ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଅଶୋକ ସମ୍ରାଟ, ୨୦୧୩ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଅନ୍ନପୂର୍ଣ୍ଣା ପରିଡ଼ା ଏବଂ ଅମରେଶ ପରିଡ଼ା । ଅବିନାଶ ପରିଡ଼ା ଏହି କଥାଚିତ୍ରଟିର କାହାଣୀ ଲେଖିଥିଲେ ଏବଂ ରଣଜିତ ପଟ୍ଟନାୟକ ଏହି କଥାଚିତ୍ରଟିର ସଂଳାପ ଲେଖିଥିଲେ । ଜ୍ୟୋତି ଦାସ ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତ ନିର୍ଦ୍ଦେଶକ ଅଭଜିତ ମଜୁମଦାର ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଡୋପାମିନ୍, ଏକ ବିକ୍ରୟ ନାମ ଇଣ୍ଟ୍ରୋପିନ (Intropin) ଏକ ଔଷଧ ଯାହା ସାଧାରଣ ଭାବରେ ଅତି ନିମ୍ନ ରକ୍ତଚାପ, ଲକ୍ଷଣ ପ୍ରକାଶିତ ଧୀର ହୃତ୍ସ୍ପନ୍ଦନ ହାର ଓ ହୃଦ୍ରୋଧ ଚିକିତ୍ସା ନିମନ୍ତେ ଏପିନେଫ୍ରିନ ନ ମିଳୁଥଲେ ଦିଆଯାଏ । ନବଜାତ ଶିଶୁଙ୍କର ନିମ୍ନ ରକ୍ତଚାପ ଥିଲେ ଏହା ପସନ୍ଦ ଯୋଗ୍ୟ ଔଷଧ ହୁଏ । ନିମ୍ନ ରକ୍ତଚାପରେ ପିଲାମାନଙ୍କର ଏପିନେଫ୍ରିନ ବା ନରଏପିନେଫ୍ରିନ ସାଧାରଣତଃ ବ୍ୟବହାର କରାଯାଉଥିବା ବେଳେ ବୟସ୍କ ଲୋକଙ୍କୁ ନରଏପିନେଫ୍ରିନ ଦିଆଯାଏ । ଏହା ଶିରାଭ୍ୟନ୍ତର ଇଞ୍ଜେକସନ ବା ଇଣ୍ଟ୍ରାଓସିଅସ ଇନଫ୍ୟୁଜନ ଆକାରରେ ଦିଆଯାଏ । ଔଷଧ ପ୍ରଭାବ ୫ ମିନିଟ ମଧ୍ୟରେ ଆରମ୍ଭ ହୁଏ । ଡୋଜ ଆବଶ୍ୟକତା ଅନୁସାରେ ବଢ଼େଇ ଦିଆଯାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଭାରତୀୟ ମହାକାଶ ଗବେଷଣା ସଂସ୍ଥା ବା ଇସରୋ ହେଉଛି ଭାରତ ସରକାରଙ୍କ ପ୍ରମୁଖ ମହାକାଶ ପ୍ରାଧିକରଣ । ଇସରୋ ପୃଥିବୀର ଛଅଟି ବଡ ସରକାରୀ ମହାକାଶ ପ୍ରାଧିକରଣ ମଧ୍ୟରୁ ଅନ୍ୟତମ ଯଥା: ଆମେରିକାର ନାସା (NASA), ଋଷିଆର RKA, ଇଉରୋପର ESA, ଚୀନର CNSA ଓ ଜାପାନର JAXA । ଏହି ସଂଗଠନର ମୂଳ ଉଦ୍ଦେଶ୍ୟ ହେଲା ଅତ୍ୟାଧୁନିକ ମହାକାଶୀୟ ପ୍ରଯୁକ୍ତି ବିଦ୍ୟାର ଉନ୍ନତିକରଣ ଓ ଦେଶର ସ୍ଵାର୍ଥରେ ଏହାର ପ୍ରୟୋଗ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ସାହିତ୍ୟ ଭାରତୀ କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକା ଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଅକ୍ଷୟ ମହାନ୍ତି (୧୨ ଅକ୍ଟୋବର ୧୯୩୭ – ୧୭ ନଭେମ୍ବର ୨୦୦୨) (ଅନ୍ୟନାମ: ଖୋକା ଭାଇ) କଟକଠାରେ ଜନ୍ମିତ ଜଣେ ଓଡ଼ିଆ ଗାୟକ, ସଙ୍ଗୀତଜ୍ଞ, ସଂଗୀତଜ୍ଞ, ଗାଳ୍ପିକ, ଔପନ୍ୟାସିକ ଓ ଭ୍ରମଣ କାହାଣୀ ଲେଖକ । ସେ ଓଡ଼ିଆ କଥାଚିତ୍ର, ପଲ୍ଲୀଗୀତ, ଭଜନମାନଙ୍କରେ କଣ୍ଠଦାନ କରିଛନ୍ତି, ତାଙ୍କୁ ଓଡ଼ିଆ ଆଧୁନିକ ଓ ସୁଗମ ସଙ୍ଗୀତର ଜନ୍ମଦାତା ବୋଲି କୁହାଯାଇଥାଏ । ଓଡ଼ିଶାର ଅନେକ ଲୋକକଥା ଓ ଗୀତକୁ ନେଇ ସେ ସଙ୍ଗୀତ ସଂଯୋଜନା କରିଛନ୍ତି ।
ବ୍ରହ୍ମେଶ୍ୱର ମନ୍ଦିର, ଭାରତୀୟ ରାଜ୍ୟ ଓଡ଼ିଶାର ରାଜଧାନୀ ସହର ଭୁବନେଶ୍ୱରଠାରେ ରହିଥିବା ଏକ ୯ ମ ଶତାବ୍ଦୀ ଶେଷାର୍ଦ୍ଧରେ ନିର୍ମିତ ଶିବ ମନ୍ଦିର । ଏହି ମନ୍ଦିର ଅଭ୍ୟନ୍ତରରେ ସୁନ୍ଦର ପ୍ରସ୍ତର ଖୋଦିତ ବିରଳ କଳା ଦେଖିବାକୁ ମିଳେ । ମନ୍ଦିରରେ ଖୋଦିତ ହେଇଥିବା ଶିଳାଲେଖଦ୍ଵାରା ଏହି ମନ୍ଦିରର ନିର୍ମାଣ କାଳ ବିଷୟରେ ସଠିକ ସୂଚନା ମିଳୁଥିଲା । ତେବେ ବର୍ତ୍ତମାନ ତାହା ଅବଲୁପ୍ତ ଅବସ୍ଥାରେ ରହିଛି । ତେବେ ୧୦୫୮ ମସିହାର ଲେଖାକୁ ସଂରକ୍ଷିତ ଭାବରେ ରଖା ଯାଇଛି । ସେହି ଲେଖାନୁସାରେ ସୋମବଂଶୀ ରାଜା ଉଦ୍ୟୋତକେଶରୀଙ୍କ ଶାସନର ୧୮ ତମ ବର୍ଷରେ ତାଙ୍କ ମାତା କୋଳାବତୀ ଦେବୀଙ୍କଦ୍ଵାରା ଏହା ନିର୍ମିତ ହେଇଥିବାର ଜଣା ଯାଇଥାଏ , ଯାହା ୧୦୫୮ ମସିହା ଥିଲା ।
ଭୁବନେଶ୍ଵର ଭୁବନେଶ୍ଵର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ଵର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ଵର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ଵାରା ବିଶେଷ ଆଦୃତ ହୋଇଅଛି ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ବିଟ କଏନ ବା ଖଣ୍ଡ ମୁଦ୍ରା ଏକ ଗୁପ୍ତ ମୁଦ୍ରା ବା ଅଦୃଶ୍ୟ କ୍ୟାଶ ଅଟେ । ଏହାକୁ ଅନଲାଇନ ୱାଲେଟ ମଧ୍ୟ କୁହାଯାଏ । ଅନଲାଇନରେ ଦ୍ରବ୍ୟ କ୍ରୟ ପାଇଁ ଏହାକୁ ବ୍ୟବହାର କରାଯାଏ । ସାଂଖିକ ଦେଣନେଣ ( ଡିଜିଟାଲ ପେମେଣ୍ଟ )ର ଏହା ଏକ ମାଧ୍ୟମ ଅଟେ । ବିଟ କଏନଦ୍ୱାରା ବିଶ୍ୱର ଯେକୌଣସି ସ୍ଥାନରୁ ସିଧାସଳଖ କିଣାବିକା କରାଯାଇ ପାରେ । ଏକ ଅଜ୍ଞାତ ପ୍ରୋଗ୍ରାମର କିମ୍ବା ସତୋଶୀ ନାକାମୋତୋ ନାମକ ଏକ ପ୍ରୋଗ୍ରାମର ଗୋଷ୍ଠୀ ଦ୍ବାରା ଉଦ୍ଭାବିତ ହୋଇଥିଲା । ଏହାକୁ ଓପନ ସୋର୍ସରେ ୨୦୦୯ ମସିହାରେ ଛଡ଼ାଯାଇଥିଲା ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଅଭୟ, ୨୦୧୭ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ତରଙ୍ଗ ସିନେ ପ୍ରଡକ୍ସନଦ୍ୱାରା ଏହି ଚଳଚ୍ଚିତ୍ରଟି ନିର୍ମିତ ହୋଇଥିଲା । ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ମୂରଲୀ କ୍ରିଷ୍ଣା । ୨୦୧୭ ରଜ ସମୟରେ ମୁକ୍ତିଲାଭ କରିଥିବା ଏହି ଚଳଚ୍ଚିତ୍ରଟିର ନାୟକ ଥିଲେ ଅନୁଭବ ମହାନ୍ତି ଏବଂ ନାୟିକା ଏଲିନା ସାମନ୍ତରାୟ । ଚଳଚ୍ଚିତ୍ରଟିରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ପ୍ରେମ ଆନନ୍ଦ ଏବଂ ହ୍ୟୁମାନ ସାଗର, ଅନନ୍ୟା ଶ୍ରୀତମ ନନ୍ଦ, ଦୀପ୍ତିରେଖା ପାଢ଼ୀ, ଲୋପାମୁଦ୍ରା ପ୍ରମୁଖ କଣ୍ଠଦାନ କରିଥିଲେ । ବସନ୍ତରାଜ ସାମଲ ଏବଂ ସୁବ୍ରତ ସ୍ୱାଇଁ ଏହି ଚଳଚ୍ଚିତ୍ରର ଗୀତଗୁଡ଼ିକ ଲେଖିଥିଲେ । ମନୋଜ ମିଶ୍ର, ମିହର ଦାସ, ଅଶ୍ରୁମୋଚନ ମହାନ୍ତି ପ୍ରମୁଖ ଏହି ଚଳଚ୍ଚିତ୍ରରେ ଅଭିନୟ କରିଥିଲେ ।
ପୃଥିବୀର ବାୟୁମଣ୍ଡଳ, ସାଧାରଣତଃ ବାୟୁ ନାମରେ ପରିଚିତ, ଏକ ଗ୍ୟାସ୍ମାନଙ୍କ ସମାହାର ଯାହା ପୃଥିବୀ ଗ୍ରହକୁ ଘେରି ରହିଛି ଓ ପୃଥିବୀର ମାଧ୍ୟାକର୍ଷଣ ଶକ୍ତି ବଳରେ ଆକର୍ଷିତ ହୋଇ ରହିଛି । ଏହି ବାୟୁମଣ୍ଡଳ ପୃଥିବୀର ଜୀବ ମାନଙ୍କୁ ଅତିବାଇଗିଣୀ ରଶ୍ମୀ ସୌର ରାଡିଏସନକୁ (ultraviolet solar radiation) ଅବଶୋଷଣ କରି ସୁରକ୍ଷା ଦିଏ, ଏହାର ବାହ୍ୟ ଭାଗକୁ ଉଷୁମ ରଖେ ଓ ଦିବାରାତ୍ରୀର ଚରମ ଉତ୍ତାପକୁ (ଦୈନନ୍ଦିନ ଉତ୍ତାପ ପରିବର୍ତ୍ତନ) କମେଇ ଦିଏ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଚନ୍ଦ୍ରଶେଖର ରଥ (ଜନ୍ମ ୧୭ ଅକ୍ଟୋବର ୧୯୨୯) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ଜଣାଶୁଣା ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି। ଚନ୍ଦ୍ରଶେଖର ରଥ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନିତ ।
ସରଳା ଦେବୀ (୧୯ ଅଗଷ୍ଟ ୧୯୦୪ - ୪ ଅକ୍ଟୋବର ୧୯୮୬ ) ଜଣେ ସ୍ଵାଧୀନତା ସଂଗ୍ରାମୀ ଓ ଲେଖିକା ଥିଲେ ।ବିଂଶ ଶତାବ୍ଦୀର ପ୍ରଥମ ଭାଗରେ ଇଂରେଜ ସରକାର ଅଧୀନରେ ଥିବା ବେଳେ ଭାରତରେ , ନାରୀ ମାନଙ୍କର ସାମାଜିକ ଓ ରାଜନୈତିକ ଅଧିକାର ପାଇଁ ଆନ୍ଦୋଳନ ଦେଖା ଦେଇଥିଲା । ଫଳରେ ନାରୀ ଶିକ୍ଷାର ପ୍ରସାର ଓ ପ୍ରଚାର ଘଟିଥିଲା । ସେହି ସମୟରେ ଏହାର ପ୍ରଭାବ ଓଡ଼ିଶାର ନାରୀ ମାନଙ୍କ ଉପରେ ମଧ୍ୟ ପଡ଼ିଥିଲା । ଗାନ୍ଧିଜୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ରମାଦେବୀ, ମାଳତୀ ଚୌଧୁରୀ , ଗୋଦାବରୀ ଦେବୀ ପ୍ରମୁଖଙ୍କ ସହ ବହୁ ଓଡ଼ିଆ ନାରୀ ସ୍ଵାଧୀନତା ଆନ୍ଦୋଳନରେ ଯୋଗଦେଇଥିଲେ । ସେମାନଙ୍କ ମଧ୍ୟରେ ସରଳା ଦେବୀ ଅଗ୍ରଗଣ୍ୟ ଥିଲେ । ପ୍ରଥମ ଓଡ଼ିଆ ମହିଳା ଭାବେ ସେ ସତ୍ୟାଗ୍ରହ ଆନ୍ଦୋଳନରେ ଭାଗ ନେଇଥିଲେ । ସେ ଇଞ୍ଚୁଡ଼ିଠାରେ ଲବଣ ସତ୍ୟାଗ୍ରହରେ ଭାଗ ନେଇଥିଲେ । ସ୍ଵାଧୀନତା ଆନ୍ଦଳୋନର ବିଭିନ୍ନ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ସେ ଜେଲଦଣ୍ଡ ଭୋଗ କରିଥିଲେ ।
ସିଗେଲୋସିସ (Shigellosis) ଏକ ପ୍ରକାର ତରଳ ଝାଡ଼ା ଯାହା ସିଗେଲା (Shigella) ନାମକ ଏକ ଜୀବାଣୁ ସଂକ୍ରମଣଦ୍ୱାରା (bacterial infection) ହୁଏ । ସଂସ୍ପର୍ଶରେ ଆସିବାର ଦିନେ ଦୁଇ ଦିନ ପରେ ଏହି ରୋଗର ଲକ୍ଷଣ ପ୍ରକାଶ ପାଏ ଓ ତରଳ ଝାଡ଼ା, ଜ୍ୱର, ପେଟ ଯନ୍ତ୍ରଣା ଓ ଝାଡ଼ା ଯିବା ସମୟରେ ଯନ୍ତ୍ରଣା ହୁଏ । ମଳରେ ରକ୍ତ ପଡ଼ିପାରେ । ପାଞ୍ଚରୁ ୭ଦିନ ପର୍ଯ୍ୟନ୍ତ ଏହି ଲକ୍ଷଣ ରହେ । କେଶ୍ ଜଟିଳ ହେଲେ ସଂକ୍ରମଣ ପରବର୍ତ୍ତୀ ଗଣ୍ଠିପ୍ରଦାହ (Post infectious arthritis), ସେପ୍ସିସ, ବାତ (seizures), ହେମୋଲାଇଟିକ ୟୁରେମିକ ସିଣ୍ଡ୍ରମ (hemolytic uremic syndrome) ହୋଇପାରେ ।
ଆକାଶବାଣୀ କଟକ କେନ୍ଦ୍ର ୧୯୪୮ ଜାନୁଆରୀ ୨୮ତାରିଖରେ କଟକର ମିଶନରୋଡ଼ସ୍ଥିତ ମଧୁପୁରକୋଠିଠାରେ ପ୍ରତିଷ୍ଠିତ ହୋଇଥିଲା । ସେହି ଦିନ ଠାରୁ ଆକାଶବାଣୀ କଟକ, ଓଡ଼ିଶା ତଥା ଓଡ଼ିଶା ବାହାର ଲୋକଙ୍କୁ ସୂଚନା, ଶିକ୍ଷା ଏବଂ ମନୋରଞ୍ଜନ ପ୍ରଦାନ କରିଆସିଛି । ଓଡ଼ିଶାରେ ଆକାଶବାଣୀ କେନ୍ଦ୍ର ପ୍ରତିଷ୍ଠା କରିବାରେ, ଡକ୍ଟର ହରେକୃଷ୍ଣ ମହତାବ, ଲକ୍ଷ୍ମୀନାରାୟଣ ସାହୁ, ଭୁବନାନନ୍ଦ ଦାସ, ଆର୍ତ୍ତବଲ୍ଲଭ ମହାନ୍ତି, କାଳିଚରଣ ପଟ୍ଟନାୟକ ଆଦି ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ମିଳିତ ଜାତିସଂଘ ଗୋଟିଏ ଅନ୍ତଃ -ସରକାରୀ ଅନୁଷ୍ଠାନ ଯାହା ଅନ୍ତର୍ଜାତିକ ସହଯୋଗକୁ ବିକଶିତ କରିଥାଏ । ପୂର୍ବରୁ ନିଷ୍କ୍ରିୟ ଥିବା ଥିବା କେତେକ ରାଷ୍ଟ୍ରର ଗୋଷ୍ଠୀକୁ ପରିବର୍ତିତ ରୂପ ଦେଇ ୨୪ ଅକ୍ଟୋବର ୧୯୪୫ରେ ମିଳିତ ଜାତିସଂଘର ସଂସ୍ଥାପନା ହେଇଥିଲା । ଦ୍ଵିତୀୟ ମହାସମର ପରେ ଯେମିତି ସେପରି ନ ହୁଏ ସେତେବେଳେ ୫୧ଟି ସଦସ୍ୟ ରାଷ୍ଟ୍ରକୁ ନେଇ ଗଠନ ହେଇଥିବା ମିଳିତ ଜାତିସଂଘରେ ବର୍ତମାନ ସଦସ୍ୟ ସଂଖ୍ୟା ୧୯୩ । ମିଳିତ ଜାତିସଂଘର ମୁଖ୍ୟ କାର୍ଜ୍ୟାଳୟ ନିଉୟର୍କ ସହରର ମାନହାଟ୍ଟନଠାରେ ଅବସ୍ଥିତ । ଏହା ବ୍ୟତୀତ ଜେନେଭା , ନାଇରୋବି ,ଏବଂ ଭିଏନାରେ ମଧ୍ୟ ମୁଖ୍ୟ କାର୍ଜ୍ୟାଳୟ ସବୁ ରହିଛି ।ଏହି ସଂଗଠନ ସଦସ୍ୟ ରାଷ୍ଟ୍ର ସମୂହଙ୍କ ସ୍ଵେଚ୍ଛାକୃତ ଏବଂ ଆତ୍ମ ନିର୍ଧାରିତ ଅନୁଦାନଦ୍ଵାରା ପରିଚାଳିତ ହୁଏ । ଏହାର ମୂଳ ଲକ୍ଷ୍ୟ ହେଲା ଅନ୍ତର୍ଜାତିକ ଶାନ୍ତି ଓ ସୁରକ୍ଷା ବଜାୟ ରଖିବା , ମାନବିକ ଅଧିକାରର ଅଗ୍ରାଧିକାର , ସାମାଜିକ ଓ ଅର୍ଥନୈତିକ ସନ୍ତୁଳନ ରଖିବା , ପରିବେଶର ସୁରକ୍ଷା କରିବା ଓ ମରୁଡି ବା ପ୍ରକୃତିକ ଦୁର୍ବିପାକ ସମୟରେ ମାନବିକ ସାହାଯ୍ୟ ଯୋଗେଇଦେବା , ଓ ସାମରିକ ଦ୍ଵନ୍ଦର ସମାଧାନ କରିବା ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
କୃଷ୍ଣ ହିନ୍ଦୁ ଦେବତା ଓ ଭଗବାନ ବିଷ୍ଣୁଙ୍କ ଅବତାର। କୃଷ୍ଣ ଅନ୍ୟ ହିନ୍ଦୁ ଦେବାଦେବୀଙ୍କ ଠାରୁ ଅଧିକ ଆଦରଣୀୟ ଏବଂ ଲୋକପ୍ରିୟ ଦେବତା ମଧ୍ୟରେ ଅନ୍ୟତମ। ଅବତାର ଅର୍ଥ ଅବତୀର୍ଣ୍ଣ ହେବା,ଭକ୍ତ ମାନଙ୍କୁ ଦିବ୍ୟାନନ୍ଦ ପ୍ରଦାନ ନିମିତ୍ତ ଓ ଭଗବତ ଧର୍ମ ଠିକ ସ୍ଥାନରେ ଲାଗି ଦେବକୀଙ୍କ ଗର୍ଭରୁ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ। ଶଙ୍ଖ,ଚକ୍ର,ଗଦା,ପଦ୍ମଧାରୀ ସ୍ଵରୂପରେ ମାତାପିତାଙ୍କୁ ଦର୍ଶନ ଦେଇଥିଲେ। ବାଳକ ରୂପରେ ଲୀଳା ଛଳରେ ଦୈତ୍ୟମାନଙ୍କୁ ସ୍ଵଧାମକୁ ପଠେଇ ପୃଥିବୀର ପାପ ଭାର ଲାଘବ କରିଥିଲେ। ବ୍ରହ୍ମା,ଶଙ୍କର ସନକାଦି ମୂନିଋଷିଙ୍କର ପୂଜ୍ୟ ହୋଇମଧ୍ୟ ସାଧାରଣ ବାଳକ ପରି ଲୀଳା କରୁଥିଲେ।
ଦୀପକ ମିଶ୍ର, ଭାରତର ସର୍ବୋଚ୍ଚ ନ୍ୟାୟାଳୟର ୪୫ତମ ମୁଖ୍ୟ ବିଚାରପତି । ୨୮ ଅଗଷ୍ଟ ୨୦୧୭ରେ ସେ ଏହି କାର୍ଯ୍ୟଭାର ଗ୍ରହଣ କରି ୨୦୧୮ ଅକ୍ଟୋବର ୨ ତାରିଖ ପର୍ଯ୍ୟନ୍ତ ଦାୟିତ୍ୱ ତୁଲାଇବେ । ଏହି ପଦ ଅଳଙ୍କୃତ କରିବାରେ ସେ ତୃତୀୟ ଓଡ଼ିଆ । ତାଙ୍କ ପୂର୍ବରୁ ରଙ୍ଗନାଥ ମିଶ୍ର ୨୧ତମ ମୁଖ୍ୟ ବିଚାରପତି ଭାବେ ୨୫ ସେପ୍ଟେମ୍ବର ୧୯୯୦ରୁ୨୪ ନଭେମ୍ବର ୧୯୯୧ପର୍ଯ୍ୟନ୍ତ ଓ ଗୋପାଳବଲ୍ଲଭ ପଟ୍ଟନାୟକ ୩୨ତମ ମୁଖ୍ୟ ବିଚାରପତି ଭାବରେ ୮ ନଭେମ୍ବର ୨୦୦୨ରୁ ୧୯ ଡିସେମ୍ବର ୨୦୦୨ ପର୍ଯ୍ୟନ୍ତ ଏହି ପଦବୀରେ ଅବସ୍ଥାପିତ ଥିଲେ ।
କୃତ୍ତିକା ନକ୍ଷତ୍ର ଯୁକ୍ତ ପୂର୍ଣ୍ଣିମା ପଡୁଥିବା ଚାନ୍ଦ୍ରମାସକୁ କାର୍ତ୍ତିକ ମାସ କହନ୍ତି । ଏହାର ପୂର୍ବବର୍ତ୍ତୀ ମାସ ଆଶ୍ୱିନ ଓ ପରବର୍ତ୍ତୀ ମାସ ମାର୍ଗଶୀର । ନାରଦୀୟ ପୁରାଣ ମତେ ମାସ ମଧ୍ୟରେ କାର୍ତ୍ତିକ ମାସ ହେଉଛି ଶ୍ରେଷ୍ଠ ମାସ, ଯେପରି ଯୁଗ ମଧ୍ୟରେ ଶ୍ରେଷ୍ଠ ସତ୍ୟଯୁଗ । ଏହା ଧର୍ମ ମାସ ହୋଇଥିବାରୁ ଗାଁରୁ ସହର ପର୍ଯ୍ୟନ୍ତ ଜନଗଣ ଏ ମାସଟିକୁ ନିଷ୍ଠା ସହକାରେ ପାଳନ କରନ୍ତି । ମାସସାରା ପାଳି ନ ପାରିଲେ ପଞ୍ଚୁକ ପାଞ୍ଚଦିନ ପାଳନ୍ତି । ଏହି ସମୟରେ ଦୀପାବଳି ଦୀପଦାନ, ବୋଇତ ବନ୍ଦାଣ, ରାଧା ଦାମୋଦର ପୂଜା, ବଡ଼ଓଷା, ବାଲୁଙ୍କା ପୂଜା ଇତ୍ୟାଦି କରନ୍ତି ।
ଜୈନଧର୍ମ ଏକ ପ୍ରାଚୀନ ଧର୍ମ ବୋଲି ଐତିହାସିକମାନେ ମତବ୍ୟକ୍ତ କରନ୍ତି । ସମ୍ଭବତଃ ଜୈନଧର୍ମ ହିଁ ବୈଦିକ କର୍ମକାଣ୍ଡ, ଜୀବହତ୍ୟା, ବ୍ୟୟସାପେକ୍ଷ ଯଜ୍ଞାନୁଷ୍ଠାନ , ଜାତିପ୍ରଥା ଆଦିର ବିରୋଧ କରିଥିଲା । ଅଙ୍ଗସୂତ୍ର,ଉପାଙ୍ଗସୂତ୍ର, କଳ୍ପସୂତ୍ର ପ୍ରଭୃତି ଜୈନମାନଙ୍କର ପ୍ରଧାନ ଧର୍ମଗ୍ରନ୍ଥ । ଖ୍ରୀଷ୍ଟପୂର୍ବ ଷଷ୍ଠ ଶତାବ୍ଦୀରେ ବର୍ଦ୍ଧମାନ ମହାବୀର ଜୈନ ଧର୍ମ ପ୍ରଚାର କରିଥିଲେ ।
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯)
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯) ୨୦୧୫ରେ ପ୍ରକାଶିତ ଏକ ଓଡ଼ିଆ ବହି । ଏଥିରେ ୧୯୩୬ରୁ ୧୯୬୯ ଭିତରେ ମୁକ୍ତିଲାଭ କରିଥିବା ଓଡ଼ିଆ ସିନେମା ସଂଗୀତ ସଂକଳିତ । ଏହା ସାମ୍ବାଦିକ ଓ ଓଡ଼ିଆ ଚଳଚ୍ଚିତ୍ର ସଂରକ୍ଷକ ସୂର୍ଯ୍ୟ ଦେଓଙ୍କଦ୍ୱାରା ସଂକଳିତ । ଏଥିରେ ଚଳଚ୍ଚିତ୍ର ସମ୍ପୂର୍ଣ୍ଣ ସଙ୍ଗୀତ ସହ ସେସବୁର ବିବରଣୀ, ସଂଗୀତକାର ଓ ଗୀତିକାରଙ୍କ ସମ୍ବନ୍ଧରେ ସଂକ୍ଷିପ୍ତ ପରିଚୟ ଏବଂ ଚଳଚ୍ଚିତ୍ର ସଙ୍ଗୀତର ପରଦା ପଛର କାହାଣୀ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱର ସ୍ଥିତ ସୃଜନଦ୍ୱାରା ୨୦୧୫ ମସିହାରେ ମେ ୨୩ ତାରିଖରେ ପ୍ରଥମେ ପ୍ରକାଶିତ ହୋଇଥିଲା । ଏଥିରେ ମନୋଜ ଦାସ, ମାୟାଧର ମାନସିଂହ, ଗୋଦାବରୀଶ ମହାପାତ୍ର, କୃଷ୍ଣପ୍ରସାଦ ବସୁ ଆଦି ଓଡ଼ିଆ ଲେଖକଙ୍କ ରଚନା ସ୍ଥାନୀତ ହୋଇଥିବା ଗୀତ ରହିଛି ।
ମହାମାୟୀ ଦୁର୍ଗା ସମଗ୍ର ଦେବକୁଳର ସର୍ବୋତ୍ତମ ଅସ୍ତ୍ରଗୁଡିକର ଅଧିକାଅରିଣୀ । ସେ ମଧ୍ୟ ସେସବୁ ଅସ୍ତ୍ରର ପ୍ରୟୋଗକାରିଣୀ । ପଶୁରାଜ ସିଂହ ଦୁର୍ଗାଙ୍କ ବାହାନ । ତାଙ୍କ ଅଙ୍ଗଭୂଷଣ ତଥା ଅଙ୍ଗରକ୍ଷୀ ଭାବେ କାର୍ଯ୍ୟ କରୁଛନ୍ତି ବିଷଧର ନାଗକୁଳ । ମାର୍କଣ୍ଡେୟ ପୁରାଣ ଅନ୍ତର୍ଗତ ‘ଚଣ୍ଡୀ’ରେ କୁହାଯାଇଛି ଭଗବତୀ ଚଣ୍ଡିକା ମହାମାୟା ଏବଂ ସନାତନୀ ଦେବୀ ହେଇଥିଲେ ହେଁ ବିଶ୍ଵର କଲ୍ୟାଣ ପାଇଁ ସେ ବାରମ୍ବାର ଆବିର୍ଭୂତା ହୋଇଥାନ୍ତି । ପ୍ରତ୍ୟେକ ମନୁଷ୍ୟର ଶରୀରରେ ଆଦ୍ୟାଶକ୍ତି କୁଳକୁଣ୍ଡଳିନୀ ରୂପେ ବିରାଜିତା । ସୃଷ୍ଟିର ପ୍ରଥମ ଉଚ୍ଚାରଣ ମା’ । ସେ ଗର୍ଭଧାରିଣୀ ଲାଳନପାଳନ କର୍ତ୍ତ୍ରୀ ତଥା ତ୍ୟାଗ,ଦୟା,ଦୟା, କ୍ଷମା ଓ ମମତାର ପ୍ରତୀକାତ୍ମକ ରୂପ । ମା’ଙ୍କର ଉପାସନା ଇତିହାସର ବର୍ଗବନ୍ଧନୀଠାରୁ ମଧ୍ୟ ବହୁ ପୁରାତନ । ଆଦ୍ୟାଶକ୍ତି ଭାବେ ସେ ସର୍ବଶକ୍ତିମୟୀ।
ରମେଶ ପ୍ରସାଦ ମହାପାତ୍ର (୧ ଅକ୍ଟୋବର ୧୯୩୯ – ୧୪ ଜାନୁଆରୀ ୧୯୮୯) ଜଣେ ପ୍ରତ୍ନତତ୍ତ୍ୱବିଦ୍ ଓ ଓଡ଼ିଶା ଅଧ୍ୟୟନର ଗବେଷକ ଥିଲେ । ଓଡ଼ିଶା ରାଜ୍ୟ ସଂଗ୍ରହାଳୟର ପ୍ରତ୍ନତତ୍ତ୍ୱ ବିଭାଗରେ ସନ ୧୯୬୩ରୁ ୧୯୮୯ ପର୍ଯ୍ୟନ୍ତ ସେ କ୍ୟୁରେଟର ଥିଲେ । ସେହି ସମୟରେ ପ୍ରତ୍ନତତ୍ତ୍ୱ କ୍ଷେତ୍ର, କଳା ଇତିହାସ, ଧର୍ମ ଓ ଓଡ଼ିଶା ସଂସ୍କୃତିର ଅନ୍ୟାନ୍ୟ ଦିଗମାନଙ୍କ ଉପରେ ଐତିହାସିକ ଗବେଷଣା କରି ଅନେକ ମହତ୍ତ୍ୱପୂର୍ଣ୍ଣ ଅବଦାନ ଦେଇଥିଲେ ।
ପଦ୍ମଶ୍ରୀ ଗୁରୁ ଗଙ୍ଗାଧର ପ୍ରଧାନ,(୧୦ ଜୁଲାଇ ୧୯୪୮ - ୧୦ ଅକ୍ଟୋବର ୨୦୧୦) ପୁରୀ ଜିଲ୍ଲା ବ୍ରହ୍ମଗିରୀ ବ୍ଳକ ଅନ୍ତର୍ଗତ ପାରିକୂଳ ଗାଁରେ ୧୯୪୮ ମସିହା ଜୁଲାଇ ୧୦ ତାରିଖରେ ଜନ୍ମଗ୍ରହଣ କରିଥିଲେ । ଗୁରୁ ଗଙ୍ଗାଧର ବାଲ୍ୟକାଳରୁ ଶାରିରୀକ ଅସୁସ୍ଥତା ମଧ୍ୟରେ ରହୁଥିବାରୁ ପିତା ମୁରଲୀଧର ପ୍ରଧାନ ଓ ମା ଦ୍ୱିତୀକା ଦେବୀ ତାଙ୍କୁ ନିକଟସ୍ଥ ଡିମିରୀସେଣା ଗ୍ରାମରେ ପୂଜା ପାଉଥିବା ବାଲୁଙ୍କେଶ୍ୱରଙ୍କୁ ସମର୍ପଣ କରିଦେଇଥିଲେ । ପୁଅ ଆରୋଗ୍ୟ ଲାଭ କଲେ ଗୋଟିପୁଅ ନୃତ୍ୟ କରିବ ବୋଲି ପିତା ମାତା ମାନସୀ ଥିଲେ । ଏହି ମାନସିକ ଗୁରୁ ଗଙ୍ଗାଧରଙ୍କ ପାଇଁ ଥିଲା ଆଦ୍ୟ ପ୍ରେରଣା । ସୁସ୍ଥ ହେବାପରେ ଗୁରୁ ଗଙ୍ଗାଧର, ଗୁରୁ ବାଞ୍ଚାନିଧି ପ୍ରଧାନ, ପଣ୍ଡିତ ଚନ୍ଦ୍ରଶେଖର ପଟ୍ଟନାୟକ ଓ ଗୁରୁ ବୀରବର ସାହୁଙ୍କଠାରୁ ଗୋଟିପୁଅ ନୃତ୍ୟ ଶିକ୍ଷା ଲାଭ କରିଥିଲେ । ପରେ ଭୁବନେଶ୍ୱରସ୍ଥ ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟରୁ ଓଡ଼ିଶୀ ନୃତ୍ୟଶିକ୍ଷା ଲାଭ କରି ନୃତ୍ୟାଚାର୍ଯ୍ୟ ଉପାଧି ହାସଲ କରିବା ସହ ନିଜକୁ ଜଣେ ପ୍ରତିଭାବାନ ଓଡ଼ିଶୀ ନୃତ୍ୟଶିଳ୍ପୀ ଭାବରେ ପରିଚିତ କରାଇଥିଲେ । ଗୁରୁ ଗଙ୍ଗାଧର ପଦ୍ମଶ୍ରୀ ପଙ୍କଜ ଚରଣ ଦାସ, ଗୁରୁ କେଳୁଚରଣ ମହାପାତ୍ର, ଗୁରୁ ଦେବପ୍ରସାଦ ଦାସ, ଡ.
ସ୍ଵାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ଵ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ଵଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ଵଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ଵନାଥ ଦତ୍ତ ଓ ଭୁବନେଶ୍ଵରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ଵାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ଗେରୁଆ ପୋଷାକ ଧାରଣ କରିଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ଵରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ଵାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ । ତଥ୍ୟ ପୃଷ୍ଠାରେ ଯୋଡାଯାଇଥିବା ହାଇପରଲିଙ୍କ ଗୁଡିକ ବ୍ୟବହାରକାରୀକୁ ସହଜରେ ଅନ୍ୟ ଏକ ଇଣ୍ଟର୍ନେଟ ପୃଷ୍ଠାକୁ ଯିବାରେ ସାହାଯ୍ୟ କରିଥାଏ । ବର୍ତ୍ତମାନ ବିଶ୍ଵରେ କେତେକ ଲୋକପ୍ରିୟ ବ୍ରାଉଜର ହେଉଛନ୍ତି ଫାୟାର ଫକ୍ସ , ଗୁଗୁଲ , ଅପେରା , ସଫାରି ଇତ୍ୟାଦି ।
ଅର୍ଶ (ଇଂରାଜୀରେ ହେମୋରଏଡ୍ Hemorrhoids (US English) ବା haemorrhoids UK /ˈhɛmərɔɪdz/), ଏକ ପ୍ରକାର ରୋଗ ଯେଉଁଥିରେ ମଳଦ୍ୱାରଠାରେ ଥିବା ଶୀରା ସମୂହ ସ୍ଫିତ ହୋଇଯାଏ ସାଧାରଣ ଅବସ୍ଥାରେ ଏହି ଶୀରାଗୁଡ଼ିକ କୁସନ୍ ଭଳି କାମ କରି ମାନବ ମଳ ନିଷ୍କାସନ ନିୟନ୍ତ୍ରଣ କରେ । ଏଥିରେ ଯେତେବେଳେ ପ୍ରଦାହ ହୁଏ ବା ଏହା ସ୍ଫୀତ ହୁଏ । ଏତିକିବେଳେ ଏହାକୁ ଅର୍ଶ ରୋଗ ନାମ ଦିଆଯାଏ । ଉପସ୍ଥାପନ ଅନୁସାରେ ଲକ୍ଷଣ ଦେଖାଯାଏ । ଅନ୍ତଃ ଅର୍ଶ ହେଲେ କଷ୍ଟହୀନ ହୁଏ କିନ୍ତୁ ମଳତ୍ୟାଗ ସମୟରେ ରକ୍ତସ୍ରାବ ହୁଏ ।]]. କିନ୍ତୁ ବାହ୍ୟ ଅର୍ଶ ହେଲେ ମଳଦ୍ୱାରପାର୍ଶ୍ୱ ସ୍ଥାନ ଫୁଲିଯାଏ ଓ ଯନ୍ତ୍ରଣା ହୁଏ । ରକ୍ତସ୍ରାବ ହେଲେ ରକ୍ତ ସାଧାରଣତଃ ଗାଢ଼ ରଙ୍ଗ ହୁଏ । କିଛି ଦିନ ମଧ୍ୟରେ ଏହା ଉପଶମ ହୋଇଯାଏ । ସୁସ୍ଥ ହେବା ପରେ ମଧ୍ୟ ଏକ ଚର୍ମ ମୁଣ୍ଡା ରହିଯାଏ । ଏହି ରୋଗ ନିର୍ଦ୍ଦଷ୍ଟ କାରଣ ଜଣା ନ ଥିଲେ ମଧ୍ୟ ପେଟ ମଧ୍ୟସ୍ଥ ଅତ୍ୟଧିକ ଚାପ ବା କୋଷ୍ଠକାଠିନ୍ୟର ରୋଗ ହେବାରେ ଭୂମିକା ଥାଏ । ଅର୍ଶର କାରଣ ଅଜଣା ଥିଲେ ମଧ୍ୟ କେତେକ ପେଟର ଚାପ ବୃଦ୍ଧି କରୁଥିବା କାରକମାନଙ୍କର ଏଥିରେ ଭୂମକା ଥିବା ବିଶ୍ୱାସ କରାଯାଏ । ଏହି କାରଣ ଗୁଡ଼ିକର ନାମ କୋଷ୍ଠକାଠିନ୍ୟ, ତରଳ ଝାଡ଼ା, ଓ [ପାଇଖାନା]]ରେ ଦୀର୍ଘ ସମୟ ଧରି ବସିରହିବା । ଗର୍ଭାବସ୍ଥାରେ ଏହି ରୋଗ ଅଧିକ ହେବା ଦେଖାଯାଏ ।.
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।