ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଡୋପାମିନ୍, ଏକ ବିକ୍ରୟ ନାମ ଇଣ୍ଟ୍ରୋପିନ (Intropin) ଏକ ଔଷଧ ଯାହା ସାଧାରଣ ଭାବରେ ଅତି ନିମ୍ନ ରକ୍ତଚାପ, ଲକ୍ଷଣ ପ୍ରକାଶିତ ଧୀର ହୃତ୍ସ୍ପନ୍ଦନ ହାର ଓ ହୃଦ୍ରୋଧ ଚିକିତ୍ସା ନିମନ୍ତେ ଏପିନେଫ୍ରିନ ନ ମିଳୁଥଲେ ଦିଆଯାଏ । ନବଜାତ ଶିଶୁଙ୍କର ନିମ୍ନ ରକ୍ତଚାପ ଥିଲେ ଏହା ପସନ୍ଦ ଯୋଗ୍ୟ ଔଷଧ ହୁଏ । ନିମ୍ନ ରକ୍ତଚାପରେ ପିଲାମାନଙ୍କର ଏପିନେଫ୍ରିନ ବା ନରଏପିନେଫ୍ରିନ ସାଧାରଣତଃ ବ୍ୟବହାର କରାଯାଉଥିବା ବେଳେ ବୟସ୍କ ଲୋକଙ୍କୁ ନରଏପିନେଫ୍ରିନ ଦିଆଯାଏ । ଏହା ଶିରାଭ୍ୟନ୍ତର ଇଞ୍ଜେକସନ ବା ଇଣ୍ଟ୍ରାଓସିଅସ ଇନଫ୍ୟୁଜନ ଆକାରରେ ଦିଆଯାଏ । ଔଷଧ ପ୍ରଭାବ ୫ ମିନିଟ ମଧ୍ୟରେ ଆରମ୍ଭ ହୁଏ । ଡୋଜ ଆବଶ୍ୟକତା ଅନୁସାରେ ବଢ଼େଇ ଦିଆଯାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ଵାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ହରି ଓମ ହରି, ୨୦୧୩ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ସୁମିତ୍ ରାଉତ ଏବଂ ସିପ୍ରା ଦାସ । ଶିବପ୍ରସାଦ ଦାସ ଏବଂ ସୁଜାତା ରାଉତ ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ । ନିର୍ମଳ ନାୟକ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ଦିଲ୍ଲୀପ ପଣ୍ଡା ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ଵଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯)
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯) ୨୦୧୫ରେ ପ୍ରକାଶିତ ଏକ ଓଡ଼ିଆ ବହି । ଏଥିରେ ୧୯୩୬ରୁ ୧୯୬୯ ଭିତରେ ମୁକ୍ତିଲାଭ କରିଥିବା ଓଡ଼ିଆ ସିନେମା ସଂଗୀତ ସଂକଳିତ । ଏହା ସାମ୍ବାଦିକ ଓ ଓଡ଼ିଆ ଚଳଚ୍ଚିତ୍ର ସଂରକ୍ଷକ ସୂର୍ଯ୍ୟ ଦେଓଙ୍କଦ୍ୱାରା ସଂକଳିତ । ଏଥିରେ ଚଳଚ୍ଚିତ୍ର ସମ୍ପୂର୍ଣ୍ଣ ସଙ୍ଗୀତ ସହ ସେସବୁର ବିବରଣୀ, ସଂଗୀତକାର ଓ ଗୀତିକାରଙ୍କ ସମ୍ବନ୍ଧରେ ସଂକ୍ଷିପ୍ତ ପରିଚୟ ଏବଂ ଚଳଚ୍ଚିତ୍ର ସଙ୍ଗୀତର ପରଦା ପଛର କାହାଣୀ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱର ସ୍ଥିତ ସୃଜନଦ୍ୱାରା ୨୦୧୫ ମସିହାରେ ମେ ୨୩ ତାରିଖରେ ପ୍ରଥମେ ପ୍ରକାଶିତ ହୋଇଥିଲା । ଏଥିରେ ମନୋଜ ଦାସ, ମାୟାଧର ମାନସିଂହ, ଗୋଦାବରୀଶ ମହାପାତ୍ର, କୃଷ୍ଣପ୍ରସାଦ ବସୁ ଆଦି ଓଡ଼ିଆ ଲେଖକଙ୍କ ରଚନା ସ୍ଥାନୀତ ହୋଇଥିବା ଗୀତ ରହିଛି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ସ୍ଵାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ଵ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ଵଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ଵଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ଵନାଥ ଦତ୍ତ ଓ ଭୁବନେଶ୍ଵରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ଵାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ଗେରୁଆ ପୋଷାକ ଧାରଣ କରିଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ଵରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ସାହିତ୍ୟ ଭାରତୀ କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକା ଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଭାଗବତ ଟୁଙ୍ଗି (ଭାଗବତ ଟୁଙ୍ଗୀ ମଧ୍ୟ ଲେଖାଯାଏ ) ଓଡ଼ିଶାରେ ଆଗକାଳରେ ପ୍ରଚଳିତ ଏକ କୋଠଘରକୁ ବୁଝାଇଥାଏ ଯେଉଁଠାରେ ଗାଁର ଲୋକମାନେ ସଞ୍ଜ ବେଳେ ମେଳି ହୋଇ ଭାଗବତ, ଓଡ଼ିଆ ରାମାୟଣ, ଓଡ଼ିଆ ମହାଭାରତ ତଥା ନାନାଦି ପୁରାଣ ଆଲୋଚନା, ଗାଁରେ ହେଉଥିବା ଅସୁବିଧା ଓ ତାହାର ସମାଧାନ, ନ୍ୟାୟ-ନିଶାପ ଆଦି କରୁଥିଲେ । ଏଥିରେ ଧନୀ, ଗରିବ, ପଢୁଆ, ଅପାଠୁଆ ସଭିଏଁ ଭାଗ ନେଉଥିଲେ । ପୁରୀର ସାତଲହରୀ ମଠରେ ଷୋଡ଼ଶ ଶତାବ୍ଦୀର ପ୍ରାରମ୍ଭରେ ଏହି ଭାଗବତ ଟୁଙ୍ଗି ପ୍ରଥମେ ଆତ୍ମପ୍ରକାଶ କରିଥିଲା ଓ କ୍ରମେ ସମଗ୍ର ଓଡ଼ିଶାରେ ଗଢ଼ି ଉଠିଥିଲା ।
ଓଡ଼ିଶା ପର୍ବପର୍ବାଣୀର ରାଜ୍ୟ । ଏଠି ବାରମାସରେ ତେରପର୍ବ ପାଳନ କରାଯାଏ । ପ୍ରତ୍ୟେକ ପର୍ବପର୍ବାଣୀର ଏକ ନିଜସ୍ୱ ସ୍ୱତନ୍ତ୍ରତା ରହିଛି । ଉତ୍କଳୀୟ ପର୍ବପର୍ବାଣୀ ସାଧାରଣତଃ ଧର୍ମ ଓ ପୌରାଣୀକ ଉପାଖ୍ୟାନର ଭିତ୍ତି ଉପରେ ପ୍ରତିଷ୍ଠିତ । ଓଡ଼ିଶା ମାଟିରେ ଅଗଣିତ ଦେବୀ ଦେବତାଙ୍କର ଉପାସନା ହୋଇଥାଏ । ପ୍ରତ୍ୟେକ ପଲ୍ଲୀଗ୍ରାମରେ ନିଜର ଗ୍ରାମଦେବତା ବା ଗ୍ରାମଦେବତୀ ରହିଥାନ୍ତି। ଆଉ ଏଇ ଗ୍ରାମଦେବତା ବା ଦେବତୀ ମାଟିର ମଣିଷ ପରି ସାଧାସିଧା, ସରଗର ପରୀ କି ଯକ୍ଷ କିନ୍ନରଙ୍କ ପରି ଅଦ୍ଭୁତ ଆକାର ବା ବେଶଭୂଷାଧାରୀ ହୋଇ ନ ଥାନ୍ତି । ଆଉ ସମସ୍ତଙ୍କର ଥାଏ ଏକ ନିଆରା କିମ୍ବଦନ୍ତୀ, ଏକ ଅଲଗା ଇତିହାସ, ଭିନ୍ନ ଏକ ପରମ୍ପରା, ଏକ ପରବ, ଏକ ମଉଛବ । ପର୍ବପର୍ବାଣୀ ଗୁଡ଼ିକରେ ଜନଜୀବନର ସଂସ୍କୃତି, ଜାତୀୟତା ବୋଧ ଓ ଧର୍ମଧାରଣା ଆଦି ସଂଶ୍ଳିଷ୍ଠ । ଉତ୍କଳୀୟ ପର୍ବପର୍ବାଣୀ ମହାଭାରତୀୟ ସ୍ରୋତରୁ ଭିନ୍ନ ନୁହେଁ ବିଶେଷତଃ ପର୍ବପର୍ବାଣୀ, ଓଷାବ୍ରତ ଓ ଯାନିଯାତ୍ରା ଗୁଡ଼ିକ ତିଥି, ବାର, ନକ୍ଷତ୍ର, କୃଷିକର୍ମ, ଦେବଦେବୀ, ଶାସ୍ତ୍ରୀୟ କାହାଣୀ, ଲୋକକଥା, ଆନନ୍ଦମହୋତ୍ସବ ପାଇଁ ପାଳିତ ହୋଇଥାଏ ଉତ୍କଳୀୟ ପର୍ବପର୍ବାଣୀ ଗୁଡ଼ିକୁ ଚାରୋଟି ମୁଖ୍ୟ ଭାଗରେ ବିଭକ୍ତ କରାଯାଇପରେ ଯଥା । ଶାସ୍ତ୍ରୀୟ, ଲୌକିକ, ଆଞ୍ଚଳିକ ଓ କୃଷି ଭିତ୍ତିକ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ । ତଥ୍ୟ ପୃଷ୍ଠାରେ ଯୋଡାଯାଇଥିବା ହାଇପରଲିଙ୍କ ଗୁଡିକ ବ୍ୟବହାରକାରୀକୁ ସହଜରେ ଅନ୍ୟ ଏକ ଇଣ୍ଟର୍ନେଟ ପୃଷ୍ଠାକୁ ଯିବାରେ ସାହାଯ୍ୟ କରିଥାଏ । ବର୍ତ୍ତମାନ ବିଶ୍ଵରେ କେତେକ ଲୋକପ୍ରିୟ ବ୍ରାଉଜର ହେଉଛନ୍ତି ଫାୟାର ଫକ୍ସ , ଗୁଗୁଲ , ଅପେରା , ସଫାରି ଇତ୍ୟାଦି ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଉଇକିପିଡ଼ିଆ' (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା ୱେବକୁ ନେଇ ତିଆରି ମିଳିତ ବହୁଭାଷୀ ଜ୍ଞାନକୋଷ । ଏହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ପରିଚାଳିତ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର ଉଇକିଆଳିଙ୍କଦ୍ୱାରା ସମ୍ପାଦିତ । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦେଇ ବଦଳାଯାଇପାରିବ । ଉଇକିପିଡ଼ିଆ ୨୦୦୧ ମସିହାରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦେଇ ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ । ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ଵତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହାଦ୍ଵାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ଵ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଦୁର୍ଗା ପୂଜା ହିନ୍ଦୁଧର୍ମାବଲମ୍ବୀମାନଙ୍କର ତଥା ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହି ପର୍ବର ଶେଷ ଦିନଟିକୁ ଦଶହରା ବା ବିଜୟା ଦଶମୀ ନାମରେ ପରିଚିତ । ଦୁର୍ଗା ପୂଜା ଶକ୍ତି ଉପାସନାର ପର୍ବ । ଏହା ବିଭିନ୍ନ କୁଳାଚାର ମତେ ଷୋଳଦିନ, ନଅଦିନ ବା ତିନିଦିନ ଧରି ପାଳିତ ହୁଏ । ମୁଖ୍ୟତଃ ଶରତ ଋତୁର ଆଶ୍ଵିନ ଶୁକ୍ଲପକ୍ଷ ପ୍ରତିପଦ ଠାରୁ ନବମୀ ବିଶେଷଭାବେ ଦେବୀଙ୍କ ପୂଜନର ପ୍ରକୃଷ୍ଟ ସମୟ ହୋଇଥିଲେ ହେଁ ଚୈତ୍ର ଶୁକ୍ଲ ପକ୍ଷରେ ମଧ୍ୟ ଏହା ବାସନ୍ତୀ ନବରାତ୍ର ରୂପେ ପାଳନ କରାଯାଇଥାଏ । ଦେବୀ ପୁରାଣ ଓ କାଳିକା ପୁରାଣରେ ଦୁର୍ଗାପୂଜାକୁ ଶାରଦୀୟ ପାର୍ବଣ କୁହାଯାଉଥିବା ବେଳେ ମାର୍କଣ୍ଡେୟ ପୁରାଣରେ ବାର୍ଷିକୀ ଶାରଦ ପୂଜନ କୁହାଯାଏ । ଦେବୀ ଦୁର୍ଗା ଦୁଃଖନାଶିନୀ।ନବରାତ୍ରୀରେ ଦୁର୍ଗାଙ୍କୁ ଶ୍ରଦ୍ଧାର ସହ ପୂଜା କଲେ ଉପାସକ ନବଶକ୍ତି ପ୍ରାପ୍ତ ହେଇଥାନ୍ତି । ଶାରଦୀୟ ନବରାତ୍ରୀ କାଳରେ ବ୍ରହ୍ମାଣ୍ଡର ସମସ୍ତ ଗ୍ରହ ସକ୍ରିୟ ଥିବାରୁ ଶକ୍ତି ଉପାସକଙ୍କର କୈଣସି ଅନିଷ୍ଟ ହୁଏନାହିଁ । ଦୁର୍ଗାଙ୍କର ଏହି ନବଶକ୍ତି ଜାଗ୍ରତ କରିବା ପାଇଁ ନବାର୍ଣ୍ଣ ବା ନବାକ୍ଷରୀ ମନ୍ତ୍ର ଜପ କରିବା ପାଇଁ ପରାମର୍ଶ ଦିଆଯାଇଛି । ନବର ଅର୍ଥ ନଅ ଓ ଅର୍ଣର ଅର୍ଥ ଅକ୍ଷର । ନବାର୍ଣ୍ଣ ମନ୍ତ୍ରଟି ହେଉଛି - ଐଂ ହ୍ଲୀଂ କ୍ଲୀଂ ଚାମୁଣ୍ଡାୟୈ ବିଚ୍ଚେ।ଏହି ମନ୍ତ୍ରର ପ୍ରତ୍ୟେକ ଅକ୍ଷର ଦୁର୍ଗାଙ୍କ ଗୋଟିଏ ଗୋଟିଏ ଶକ୍ତିର ପରିଚାୟକ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ହୀରାକୁଦ ମହାନଦୀ ତଟରେ ଅବସ୍ଥିତଥିବା ଓଡ଼ିଶାର ସବୁଠୁ ବଡ଼ ନଦୀବନ୍ଧ ଓ ଜଳ ପରିଯୋଜନା । ଏଠାରୁ ଜଳ ବିଦ୍ୟୁତ ଶକ୍ତି ଉତ୍ପାଦନ କରାଯାଇ ସାରା ଓଡ଼ିଶାକୁ ବିତରଣ କରାଯାଏ । ଏହା କୃଷି ଜଳସେଚନରେ ମଧ୍ୟ ସାହାଯ୍ୟ କରେ । ବନ୍ୟା ନିୟନ୍ତ୍ରଣ, ଜଳସେଚନ ଓ ବିଦ୍ୟୁତ ଉତ୍ପାଦନକୁ ଦୃଷ୍ଟିରେ ରଖି ହୀରାକୁଦ ବହୁମୁଖୀ ନଦୀବନ୍ଧ ଯୋଜନା ଭାରତ ସରକାରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୧୯୫୭ରେ ସମ୍ପୂର୍ଣ୍ଣ ହୋଇଥିଲା । ଏହି ନଦୀବନ୍ଧ ଯୋଜନାରେ ସମୁଦାୟ ୮୪,୯୯୪ ବର୍ଗ କି.ମି. ଅଞ୍ଚଳରୁ ଜଳ ସଂଗୃହିତ ହେଉଥିବାବେଳେ ସେଥିରୁ ୬୭,୧୬୮ ବର୍ଗ କି.ମି.
ମିଳିତ ଜାତିସଂଘ ଗୋଟିଏ ଅନ୍ତଃ -ସରକାରୀ ଅନୁଷ୍ଠାନ ଯାହା ଅନ୍ତର୍ଜାତିକ ସହଯୋଗକୁ ବିକଶିତ କରିଥାଏ । ପୂର୍ବରୁ ନିଷ୍କ୍ରିୟ ଥିବା ଥିବା କେତେକ ରାଷ୍ଟ୍ରର ଗୋଷ୍ଠୀକୁ ପରିବର୍ତିତ ରୂପ ଦେଇ ୨୪ ଅକ୍ଟୋବର ୧୯୪୫ରେ ମିଳିତ ଜାତିସଂଘର ସଂସ୍ଥାପନା ହେଇଥିଲା । ଦ୍ଵିତୀୟ ମହାସମର ପରେ ଯେମିତି ସେପରି ନ ହୁଏ ସେତେବେଳେ ୫୧ଟି ସଦସ୍ୟ ରାଷ୍ଟ୍ରକୁ ନେଇ ଗଠନ ହେଇଥିବା ମିଳିତ ଜାତିସଂଘରେ ବର୍ତମାନ ସଦସ୍ୟ ସଂଖ୍ୟା ୧୯୩ । ମିଳିତ ଜାତିସଂଘର ମୁଖ୍ୟ କାର୍ଜ୍ୟାଳୟ ନିଉୟର୍କ ସହରର ମାନହାଟ୍ଟନଠାରେ ଅବସ୍ଥିତ । ଏହା ବ୍ୟତୀତ ଜେନେଭା , ନାଇରୋବି ,ଏବଂ ଭିଏନାରେ ମଧ୍ୟ ମୁଖ୍ୟ କାର୍ଜ୍ୟାଳୟ ସବୁ ରହିଛି ।ଏହି ସଂଗଠନ ସଦସ୍ୟ ରାଷ୍ଟ୍ର ସମୂହଙ୍କ ସ୍ଵେଚ୍ଛାକୃତ ଏବଂ ଆତ୍ମ ନିର୍ଧାରିତ ଅନୁଦାନଦ୍ଵାରା ପରିଚାଳିତ ହୁଏ । ଏହାର ମୂଳ ଲକ୍ଷ୍ୟ ହେଲା ଅନ୍ତର୍ଜାତିକ ଶାନ୍ତି ଓ ସୁରକ୍ଷା ବଜାୟ ରଖିବା , ମାନବିକ ଅଧିକାରର ଅଗ୍ରାଧିକାର , ସାମାଜିକ ଓ ଅର୍ଥନୈତିକ ସନ୍ତୁଳନ ରଖିବା , ପରିବେଶର ସୁରକ୍ଷା କରିବା ଓ ମରୁଡି ବା ପ୍ରକୃତିକ ଦୁର୍ବିପାକ ସମୟରେ ମାନବିକ ସାହାଯ୍ୟ ଯୋଗେଇଦେବା , ଓ ସାମରିକ ଦ୍ଵନ୍ଦର ସମାଧାନ କରିବା ।
ସରଳା ଦେବୀ (୧୯ ଅଗଷ୍ଟ ୧୯୦୪ - ୪ ଅକ୍ଟୋବର ୧୯୮୬ ) ଜଣେ ସ୍ଵାଧୀନତା ସଂଗ୍ରାମୀ ଓ ଲେଖିକା ଥିଲେ ।ବିଂଶ ଶତାବ୍ଦୀର ପ୍ରଥମ ଭାଗରେ ଇଂରେଜ ସରକାର ଅଧୀନରେ ଥିବା ବେଳେ ଭାରତରେ , ନାରୀ ମାନଙ୍କର ସାମାଜିକ ଓ ରାଜନୈତିକ ଅଧିକାର ପାଇଁ ଆନ୍ଦୋଳନ ଦେଖା ଦେଇଥିଲା । ଫଳରେ ନାରୀ ଶିକ୍ଷାର ପ୍ରସାର ଓ ପ୍ରଚାର ଘଟିଥିଲା । ସେହି ସମୟରେ ଏହାର ପ୍ରଭାବ ଓଡ଼ିଶାର ନାରୀ ମାନଙ୍କ ଉପରେ ମଧ୍ୟ ପଡ଼ିଥିଲା । ଗାନ୍ଧିଜୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ରମାଦେବୀ, ମାଳତୀ ଚୌଧୁରୀ , ଗୋଦାବରୀ ଦେବୀ ପ୍ରମୁଖଙ୍କ ସହ ବହୁ ଓଡ଼ିଆ ନାରୀ ସ୍ଵାଧୀନତା ଆନ୍ଦୋଳନରେ ଯୋଗଦେଇଥିଲେ । ସେମାନଙ୍କ ମଧ୍ୟରେ ସରଳା ଦେବୀ ଅଗ୍ରଗଣ୍ୟ ଥିଲେ । ପ୍ରଥମ ଓଡ଼ିଆ ମହିଳା ଭାବେ ସେ ସତ୍ୟାଗ୍ରହ ଆନ୍ଦୋଳନରେ ଭାଗ ନେଇଥିଲେ । ସେ ଇଞ୍ଚୁଡ଼ିଠାରେ ଲବଣ ସତ୍ୟାଗ୍ରହରେ ଭାଗ ନେଇଥିଲେ । ସ୍ଵାଧୀନତା ଆନ୍ଦଳୋନର ବିଭିନ୍ନ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ସେ ଜେଲଦଣ୍ଡ ଭୋଗ କରିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖା ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣା, ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ଦର୍ଶନରେ ଭରା ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ରାଜ୍ୟ ପାଠ୍ୟ ପୁସ୍ତକ ପ୍ରଣୟନ ଓ ପ୍ରକାଶନ ସଂସ୍ଥା
ଓଡ଼ିଆ ଭାଷାରେ +୨ ଏବଂ +୩ ସ୍ତରର ପାଠ୍ୟପୁସ୍ତକ ପ୍ରଣୟନ ଓ ପ୍ରକାଶନର ଲକ୍ଷ୍ୟ ନେଇ, ରାଜ୍ୟ ପାଠ୍ୟ ପୁସ୍ତକ ପ୍ରଣୟନ ଓ ପ୍ରକାଶନ ସଂସ୍ଥା କାର୍ଯ୍ୟରତ । ଏହି ଅନୁଷ୍ଠାନଟି ବର୍ତ୍ତମାନ ଭୁବନେଶ୍ଵରର ଶୁକବିହାରଠାରେ କାର୍ଯ୍ୟକ୍ଷମ । ଅନୁଷ୍ଠାନଟି ଏଯାବତ ୬୦୦ରୁ ଅଧିକ ପାଠ୍ୟପୁସ୍ତକ ଏବଂ ବହୁ ଅନ୍ୟାନ୍ୟ ପୁସ୍ତକ ପ୍ରକାଶନ କରିସାଇଛି । ଡ଼ଃ ଗୀତିକା ତ୍ରିପାଠୀ ଅନୁଷ୍ଠାନଟିର ବର୍ତ୍ତମାନ ନିର୍ଦ୍ଦେଶକ ଭାବରେ କାର୍ଯ୍ୟରତ ।
ଓଡ଼ିଆ ବାହାଘର ବଂଶ ରକ୍ଷା ଓ ସମାଜ ରକ୍ଷା ସକାଶେ ପୁରୁଷ ଓ ସ୍ତ୍ରୀର ମିଳନ ବା ପରିଣୟ ବିବାହ ଭାବେ ପରିଚିତ । ଏହା ପରସ୍ପର ସହ ଉପଯୁକ୍ତ ମେଳ ଖାଉଥିବା ଦୁଇଟି ଭିନ୍ନ ବ୍ୟକ୍ତିବିଶେଷଙ୍କୁ ନେଇ ସମ୍ପନ୍ନ ହୋଇଥାଏ । ଓଡ଼ିଆ ବାହାଘର ମୂଖ୍ୟତଃ ଓଡ଼ିଆ ହିନ୍ଦୁମାନଙ୍କ ମଧ୍ୟରେ ଘଟିଥାଏ । ଓଡ଼ିଆ ବାହାଘରର ବହୁତ ରୀତି ଓ ପରମ୍ପରା ଅଛି। ପାରମ୍ପରିକ ଦୃଷ୍ଟିରୁ ଏହା ସଂସ୍କୃତ ଏବଂ ଓଡ଼ିଆ ଭାଷାରେ ବୋଲା ଯାଉଥିବା ମନ୍ତ୍ରକୁ ନେଇ ପରିଚାଳିତ ହେଇଥାଏ । ଏହାର ପ୍ରସ୍ତୁତି କେବଳ ବାହାଘର ଦିନ ନୁହେଁ, ବରଂ ବହୁଦିନ ପୂର୍ବରୁ ଚାଲିଥାଏ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ବିଦ୍ୟୁତ୍ ଓ ଅଭିବିଦ୍ୟୁତ୍ ସଙ୍କ୍ରାନ୍ତୀୟ ବୈଷୟିକ ବିଜ୍ଞାନ
ବିଦ୍ୟୁତ୍ ଓ ଅଭିବିଦ୍ୟୁତ୍ ବୈଷୟିକ ବିଜ୍ଞାନ ବୈଷୟିକ ବିଜ୍ଞାନର ଏକ ଶାଖା ଯାହାକି ବିଦ୍ୟୁତ, ଅଭିବିଦ୍ୟୁତ ଓ ବିଦ୍ୟୁତ-ଚୁମ୍ବକୀୟତା ସମ୍ପର୍କିତ ଅଧ୍ୟୟନକୁ ବୁଝାଇଥାଏ ।
ମହାମାୟୀ ଦୁର୍ଗା ସମଗ୍ର ଦେବକୁଳର ସର୍ବୋତ୍ତମ ଅସ୍ତ୍ରଗୁଡିକର ଅଧିକାଅରିଣୀ । ସେ ମଧ୍ୟ ସେସବୁ ଅସ୍ତ୍ରର ପ୍ରୟୋଗକାରିଣୀ । ପଶୁରାଜ ସିଂହ ଦୁର୍ଗାଙ୍କ ବାହାନ । ତାଙ୍କ ଅଙ୍ଗଭୂଷଣ ତଥା ଅଙ୍ଗରକ୍ଷୀ ଭାବେ କାର୍ଯ୍ୟ କରୁଛନ୍ତି ବିଷଧର ନାଗକୁଳ । ମାର୍କଣ୍ଡେୟ ପୁରାଣ ଅନ୍ତର୍ଗତ ‘ଚଣ୍ଡୀ’ରେ କୁହାଯାଇଛି ଭଗବତୀ ଚଣ୍ଡିକା ମହାମାୟା ଏବଂ ସନାତନୀ ଦେବୀ ହେଇଥିଲେ ହେଁ ବିଶ୍ଵର କଲ୍ୟାଣ ପାଇଁ ସେ ବାରମ୍ବାର ଆବିର୍ଭୂତା ହୋଇଥାନ୍ତି । ପ୍ରତ୍ୟେକ ମନୁଷ୍ୟର ଶରୀରରେ ଆଦ୍ୟାଶକ୍ତି କୁଳକୁଣ୍ଡଳିନୀ ରୂପେ ବିରାଜିତା । ସୃଷ୍ଟିର ପ୍ରଥମ ଉଚ୍ଚାରଣ ମା’ । ସେ ଗର୍ଭଧାରିଣୀ ଲାଳନପାଳନ କର୍ତ୍ତ୍ରୀ ତଥା ତ୍ୟାଗ,ଦୟା,ଦୟା, କ୍ଷମା ଓ ମମତାର ପ୍ରତୀକାତ୍ମକ ରୂପ । ମା’ଙ୍କର ଉପାସନା ଇତିହାସର ବର୍ଗବନ୍ଧନୀଠାରୁ ମଧ୍ୟ ବହୁ ପୁରାତନ । ଆଦ୍ୟାଶକ୍ତି ଭାବେ ସେ ସର୍ବଶକ୍ତିମୟୀ।
ବାଲିଯାତ୍ରା (ଡ଼ଙ୍ଗାଭସା ବା ବୋଇତ ବନ୍ଦାଣ ନାମରେ ମଧ୍ୟ ଜଣା)ଏକ ଓଡ଼ିଆ ପର୍ବ । ବାଲିଯାତ୍ରା ଓଡ଼ିଶାର ଗୌରବପୂର୍ଣ୍ଣ ଐତିହ୍ୟର ଯାତ୍ରା । ବାଲିଯାତ୍ରା ଏପରି ଏକ ଗଣମହୋତ୍ସବ ଯାହା ଓଡ୍ର, କଳିଙ୍ଗ, ଉତ୍କଳ, ତୋଷାଳୀ, କଙ୍ଗୋଦ ଓ କୋଶଳର ସମନ୍ଵୟଭିତ୍ତିକ ଯାତ୍ରା । ଆଧୁନିକ ଓଡ଼ିଶା ଉପରୋକ୍ତ ରାଷ୍ଟ୍ରଗୁଡିକର ପରିବର୍ତ୍ତିତ ରୂପ । ଏହି ଯାତ୍ରା (ଅକ୍ଟୋବର-ନଭେମ୍ବର) କାର୍ତ୍ତିକ ମାସର ପୂର୍ଣ୍ଣିମା ଠାରୁ ଆରମ୍ଭ ହୋଇଥାଏ । ଆଗ କାଳରେ ସାଧବପୁଅମାନେ ନିଜ ବୋଇତରେ ଜାଭା, ବାଲି, ସୁମାତ୍ରା,ବୋର୍ଣ୍ଣିଓ (ଏବେକାର ଇଣ୍ଡୋନେସିଆ) ଆଦି ସ୍ଥାନକୁ ବେପାର ବଣିଜ କରିବାକୁ ଯାଉଥିଲେ ଯାହାର ସ୍ମୃତିରେ ଉପକୂଳ ଅଞ୍ଚଳମାନଙ୍କରେ ବାଲିଯାତ୍ରାର ଆୟୋଜନ କରାଯାଇଥାଏ ।
କମ୍ପ୍ୟୁଟରରେ ଯେଉଁ କି-ବୋର୍ଡ଼ ବ୍ୟବହାର ହୁଏ ତାହା ଦେଖିବାକୁ ପୁରା ଟାଇପ ରାଇଟରର କି-ବୋର୍ଡ଼ ଭଳି । କି-ବୋର୍ଡ଼କୁ ଓଡ଼ିଆରେ କୁଞ୍ଚିପଟା କୁହାଯାଇଥାଏ । ଏହାକୁ ସାଧାରଣତଃ "କ୍ଵେରଟି"(QWERTY) କି-ବୋର୍ଡ଼ କୁହାଯାଏ କାରଣ ଏହାର ଅକ୍ଷର କୁଞ୍ଚି ଗୁଡ଼ିକ ଇଂରାଜୀ ଅକ୍ଷର Q,W,E,R,T,Yରୁ ଆରମ୍ଭ ହଉଛି । କି-ବୋର୍ଡ଼ ଅନେକ ଗୁଡ଼ିଏ "କି"(Key) ବା କୁଞ୍ଚିର ସମାହାର । ଏହା କମ୍ପ୍ୟୁଟରକୁ ଯାନ୍ତ୍ରୀକ ଯକୃତ(Mechanical Lever) ଭାବେ ବୈଦ୍ୟୁତିକ ସୁଇଚ (Electronic Switch)ଦ୍ଵାରା ପରିକଳିତ କରେ । ଏହା ମୋଟ ଉପରେ କମ୍ପ୍ୟୁଟର ପାଇଁ ଏକ ନିବେଶକାରୀ (Input) ଉପକରଣ ଅଟେ ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।