ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଦୁର୍ଗା ପୂଜା ହିନ୍ଦୁଧର୍ମାବଲମ୍ବୀମାନଙ୍କର ତଥା ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହି ପର୍ବର ଶେଷ ଦିନଟିକୁ ଦଶହରା ବା ବିଜୟା ଦଶମୀ ନାମରେ ପରିଚିତ । ଦୁର୍ଗା ପୂଜା ଶକ୍ତି ଉପାସନାର ପର୍ବ । ଏହା ବିଭିନ୍ନ କୁଳାଚାର ମତେ ଷୋଳଦିନ, ନଅଦିନ ବା ତିନିଦିନ ଧରି ପାଳିତ ହୁଏ । ମୁଖ୍ୟତଃ ଶରତ ଋତୁର ଆଶ୍ଵିନ ଶୁକ୍ଲପକ୍ଷ ପ୍ରତିପଦ ଠାରୁ ନବମୀ ବିଶେଷଭାବେ ଦେବୀଙ୍କ ପୂଜନର ପ୍ରକୃଷ୍ଟ ସମୟ ହୋଇଥିଲେ ହେଁ ଚୈତ୍ର ଶୁକ୍ଲ ପକ୍ଷରେ ମଧ୍ୟ ଏହା ବାସନ୍ତୀ ନବରାତ୍ର ରୂପେ ପାଳନ କରାଯାଇଥାଏ । ଦେବୀ ପୁରାଣ ଓ କାଳିକା ପୁରାଣରେ ଦୁର୍ଗାପୂଜାକୁ ଶାରଦୀୟ ପାର୍ବଣ କୁହାଯାଉଥିବା ବେଳେ ମାର୍କଣ୍ଡେୟ ପୁରାଣରେ ବାର୍ଷିକୀ ଶାରଦ ପୂଜନ କୁହାଯାଏ । ଦେବୀ ଦୁର୍ଗା ଦୁଃଖନାଶିନୀ।ନବରାତ୍ରୀରେ ଦୁର୍ଗାଙ୍କୁ ଶ୍ରଦ୍ଧାର ସହ ପୂଜା କଲେ ଉପାସକ ନବଶକ୍ତି ପ୍ରାପ୍ତ ହେଇଥାନ୍ତି । ଶାରଦୀୟ ନବରାତ୍ରୀ କାଳରେ ବ୍ରହ୍ମାଣ୍ଡର ସମସ୍ତ ଗ୍ରହ ସକ୍ରିୟ ଥିବାରୁ ଶକ୍ତି ଉପାସକଙ୍କର କୈଣସି ଅନିଷ୍ଟ ହୁଏନାହିଁ । ଦୁର୍ଗାଙ୍କର ଏହି ନବଶକ୍ତି ଜାଗ୍ରତ କରିବା ପାଇଁ ନବାର୍ଣ୍ଣ ବା ନବାକ୍ଷରୀ ମନ୍ତ୍ର ଜପ କରିବା ପାଇଁ ପରାମର୍ଶ ଦିଆଯାଇଛି । ନବର ଅର୍ଥ ନଅ ଓ ଅର୍ଣର ଅର୍ଥ ଅକ୍ଷର । ନବାର୍ଣ୍ଣ ମନ୍ତ୍ରଟି ହେଉଛି - ଐଂ ହ୍ଲୀଂ କ୍ଲୀଂ ଚାମୁଣ୍ଡାୟୈ ବିଚ୍ଚେ।ଏହି ମନ୍ତ୍ରର ପ୍ରତ୍ୟେକ ଅକ୍ଷର ଦୁର୍ଗାଙ୍କ ଗୋଟିଏ ଗୋଟିଏ ଶକ୍ତିର ପରିଚାୟକ ।
ଡୋପାମିନ୍, ଏକ ବିକ୍ରୟ ନାମ ଇଣ୍ଟ୍ରୋପିନ (Intropin) ଏକ ଔଷଧ ଯାହା ସାଧାରଣ ଭାବରେ ଅତି ନିମ୍ନ ରକ୍ତଚାପ, ଲକ୍ଷଣ ପ୍ରକାଶିତ ଧୀର ହୃତ୍ସ୍ପନ୍ଦନ ହାର ଓ ହୃଦ୍ରୋଧ ଚିକିତ୍ସା ନିମନ୍ତେ ଏପିନେଫ୍ରିନ ନ ମିଳୁଥଲେ ଦିଆଯାଏ । ନବଜାତ ଶିଶୁଙ୍କର ନିମ୍ନ ରକ୍ତଚାପ ଥିଲେ ଏହା ପସନ୍ଦ ଯୋଗ୍ୟ ଔଷଧ ହୁଏ । ନିମ୍ନ ରକ୍ତଚାପରେ ପିଲାମାନଙ୍କର ଏପିନେଫ୍ରିନ ବା ନରଏପିନେଫ୍ରିନ ସାଧାରଣତଃ ବ୍ୟବହାର କରାଯାଉଥିବା ବେଳେ ବୟସ୍କ ଲୋକଙ୍କୁ ନରଏପିନେଫ୍ରିନ ଦିଆଯାଏ । ଏହା ଶିରାଭ୍ୟନ୍ତର ଇଞ୍ଜେକସନ ବା ଇଣ୍ଟ୍ରାଓସିଅସ ଇନଫ୍ୟୁଜନ ଆକାରରେ ଦିଆଯାଏ । ଔଷଧ ପ୍ରଭାବ ୫ ମିନିଟ ମଧ୍ୟରେ ଆରମ୍ଭ ହୁଏ । ଡୋଜ ଆବଶ୍ୟକତା ଅନୁସାରେ ବଢ଼େଇ ଦିଆଯାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ତୁ ମୋ ହିରୋ, ୨୦୧୭ରେ ମୁକ୍ତିଲାଭ କରିବାକୁ ଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଶ୍ରୀନିବାସ ରାଓ । ଦିଲୀପ ପଣ୍ଡା ଏହି କଥାଚିତ୍ରଟିର କାହାଣୀ, ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ । ଡଃ ରଜନୀ ରଞ୍ଜନ କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ବୈଦ୍ୟନାଥ ଦାଶ ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ । ଡଃ ନିର୍ମଳ ନାୟକ ଏହି କଥାଚିତ୍ରଟିର ଗୀତଗୁଡ଼ିକ ରଚନା କରିଥିଲେ । ହ୍ୟୁମାନ ସାଗର, ତାରିକ୍ ଅଜିଜ୍, ସତ୍ୟଜିତ, ଅସୀମା ପଣ୍ଡା, ପ୍ରଜ୍ଞା ହୋତା, ଅନନ୍ୟା ଶ୍ରୀତମ ନନ୍ଦ, ଶୋଭା ଆଦି କଣ୍ଠଶିଳ୍ପୀମାନେ ଏହି କଥାଚିତ୍ରଟିର ଗୀତଗୁଡ଼ିକ ଗାଇଥିଲେ ।
ଛେନା ମୁଡୁକି ଛେନାରେ ତିଆରି ଏକ ଭାରତୀୟ ମିଠା । ଛେନା, ଚିନି, ଅଳେଇଚ ଓ ଗୋଲାପ ଜଳ ଆଦି ସାମଗ୍ରୀ ମିଶାଇ ଏହାକୁ ତିଆରି କରାଯାଥାଏ । ଏହା ମୁଖ୍ୟତଃ ଓଡ଼ିଶା ଓ ପଶ୍ଚିମ ବଙ୍ଗରେ ତିଆରି ହୁଏ । ଏହାକୁ ତିଆରି କରିବା ପାଇଁ ଛେନାରୁ ପାଣି ମାରି ତାକୁ ଚକଟି ସେହି ଚକଟାକୁ ଚିନି ଶିରାରେ ମିଶାଇ ରନ୍ଧାଯାଏ । ଏହି ମିଶ୍ରଣ ପୂରା ବହଳିଆ ହୋଇଆସିଲେ ସେଥିରେ ଅଳେଇଚ ଓ ଗୋଲାପ ଜଳ ମିଶାଇ ଥଣ୍ଡା କରାଯାଏ । ଥଣ୍ଡା ହେଲା ପରେ ଖଣ୍ଡ ଖଣ୍ଡ କରି ପରସାଯାଏ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଝାନସୀର ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ଵାଧୀନତା ସଂଗ୍ରାମର ଜଣେ ନାୟିକା । ସ୍ଵଦେଶ ଓ ସ୍ଵଜାତିକୁ ପରାଧୀନତାର ଶକ୍ତ ବନ୍ଧନରୁ ମୁକ୍ତ କରିବା ପାଇଁ ଯେଉଁ ନାରୀମାନେ ଆଗକୁ ମାଡି ଆସିଥିଲେ ସେମାନଙ୍କ ମଧ୍ୟରେ ଲକ୍ଷ୍ମୀବାଈ ଅଗ୍ରଗଣ୍ୟା। ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗ ଚାଳନା, ଅଶ୍ଵାରୋହଣ, ବିଭିନ୍ନ୍ ପ୍ରକାର ଶାରୀରିକ ବ୍ୟାୟମ,ଦୁର୍ଦ୍ଦାନ୍ତ ହସ୍ତୀ ମାନଙ୍କୁ ଆୟତ କରିବା ଆଦି ପୁରୁଷ ସୁଲଭ କଳାରେ ସେ ପାରଙ୍ଗମ ଥିଲେ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଦୁର୍ଗା ପୂଜା ଆଶ୍ଵିନ ମାସରେ ହିନ୍ଦୁମାନେ ପାଳନ କରୁଥିବା ଏକ ଉତ୍ସବ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନହେଲେ ସେତେବେଳେ ବ୍ରହ୍ମା, ଶ୍ରୀବିଷ୍ଣୁ ଓ ଶିବଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜଦ୍ଵାରା ଦୁର୍ଗାଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳଦ୍ଵାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଗଦ୍ଵାରା ଶିରଚ୍ଛେଦ କଲେ । ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ । ତ୍ରେତୟା ଯୁଗରେ ରାବଣକୁ ପରାସ୍ତ କରିବା ନିମନ୍ତେ ରାମଚନ୍ଦ୍ର ଚୈତ୍ର ବଦଳରେ ଆଶ୍ଵିନରେ ଏହି ପୂଜା କରିଥିଲେ, ସେବେଠାରୁ ଏହା ଉଭୟ ଚୈତ୍ର ବାସନ୍ତୀ ନବରାତ୍ର ଓ ଆଶ୍ଵିନ ଶାରଦ ନବରାତ୍ର ଭାବେ ବିଦିତ ଓ ଉଭୟ ସମୟରେ ଦେବୀଙ୍କ ମହାପୂଜା ପ୍ରଚଳିତ । ନବମୀର ପରବର୍ତ୍ତୀ ଦିନ ବିଜୟଉତ୍ସବ ବା ବିଜୟାଦଶମୀ ପାଳିତ ହୁଏ,ଏହା ଦେବତାମାନଙ୍କଦ୍ଵାରା ମା ଦୁର୍ଗାଙ୍କ ଯୁଦ୍ଧ ପରବର୍ତ୍ତୀ ବିଜୟାଭିଷେକର ପରମ୍ପରାକୁ ସୂଚାଏ ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ବ୍ରହ୍ମେଶ୍ୱର ମନ୍ଦିର, ଭାରତୀୟ ରାଜ୍ୟ ଓଡ଼ିଶାର ରାଜଧାନୀ ସହର ଭୁବନେଶ୍ୱରଠାରେ ରହିଥିବା ଏକ ୯ ମ ଶତାବ୍ଦୀ ଶେଷାର୍ଦ୍ଧରେ ନିର୍ମିତ ଶିବ ମନ୍ଦିର । ଏହି ମନ୍ଦିର ଅଭ୍ୟନ୍ତରରେ ସୁନ୍ଦର ପ୍ରସ୍ତର ଖୋଦିତ ବିରଳ କଳା ଦେଖିବାକୁ ମିଳେ । ମନ୍ଦିରରେ ଖୋଦିତ ହେଇଥିବା ଶିଳାଲେଖଦ୍ଵାରା ଏହି ମନ୍ଦିରର ନିର୍ମାଣ କାଳ ବିଷୟରେ ସଠିକ ସୂଚନା ମିଳୁଥିଲା । ତେବେ ବର୍ତ୍ତମାନ ତାହା ଅବଲୁପ୍ତ ଅବସ୍ଥାରେ ରହିଛି । ତେବେ ୧୦୫୮ ମସିହାର ଲେଖାକୁ ସଂରକ୍ଷିତ ଭାବରେ ରଖା ଯାଇଛି । ସେହି ଲେଖାନୁସାରେ ସୋମବଂଶୀ ରାଜା ଉଦ୍ୟୋତକେଶରୀଙ୍କ ଶାସନର ୧୮ ତମ ବର୍ଷରେ ତାଙ୍କ ମାତା କୋଳାବତୀ ଦେବୀଙ୍କଦ୍ଵାରା ଏହା ନିର୍ମିତ ହେଇଥିବାର ଜଣା ଯାଇଥାଏ , ଯାହା ୧୦୫୮ ମସିହା ଥିଲା ।
ଭୁବନେଶ୍ଵର ଭୁବନେଶ୍ଵର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ଵର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ଵର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ଵାରା ବିଶେଷ ଆଦୃତ ହୋଇଅଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଟକ୍କିକ ଏପିଡର୍ମାଲ ନେକ୍ରୋଲାଇସିସ (ଇଂରାଜୀ ଭାଷାରେ Toxic epidermal necrolysis ବା ଟିଇଏନ/ TEN) ରୋଗରେ ସାଂଘାତିକ ଚର୍ମ ପ୍ରତିକ୍ରିୟା (skin reaction) ଦେଖାଯାଏ । ସ୍ଟିଭେନ୍ସ ଜନସନ ସିଣ୍ଡ୍ରୋମ (ଏସଜେଏସ) ସହିତ ଏହା ଏକ ବିସ୍ତୃତ ଶ୍ରେଣୀ ସୃଷ୍ଟି କରିଛି ଯେଉଁଥିରେ ଟିଇଏନ ସର୍ବାଧିକ ସାଂଘାତିକ ହୁଏ । ଆରମ୍ଭରୁ ଫ୍ଲୁ ଭଳି ଲକ୍ଷଣ (flu-like symptoms) ଦେଖାଯାଏ । କିଛି ଦିନ ଅନ୍ତରରେ ଚର୍ମରେ ଫୋଟକା ହୁଏ ଓ ଚୋପା ହୋଇ ଛାଡ଼ିଯାଏ । ପାଟିରେ ଥିବା ମ୍ୟୁକସ ଝିଲ୍ଲି (Mucous membranes) ଭଳି ଝିଲ୍ଲି ପ୍ରଭାବିତ ହୁଏ । କେଶ୍ ଜଟିଳ ହେଲେ ନିର୍ଜଳନ (Dehydration), ସେପ୍ସିସ, ନିମୋନିଆ, ମଲ୍ଟିପ୍ଲ ଅର୍ଗାନ ଫେଲିୟୋର (multiple organ failure) ରୋଗ ହୋଇପାରେ ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
କୁମାର ପୂର୍ଣ୍ଣିମା ଓଡ଼ିଶାର ଏକ ବିଶେଷ ପର୍ବ । ଏହା କୁମାରୋତ୍ସବ ବା କୋଜାଗର ପୂର୍ଣ୍ଣିମା ନାମରେ ମଧ୍ୟ ଜଣାଶୁଣା । ଆଶ୍ୱିନ ମାସ ପୂର୍ଣ୍ଣିମା ତିଥିରେ ଏହି ପର୍ବଟି ପାଳିତ ହୁଏ । ଏହି ପୂର୍ଣ୍ଣିମା ଶରତ ଋତୁରେ ପଡ଼ୁଥିବାରୁ କେତେକ ସ୍ଥାନରେ ଏହାକୁ ଶରତ ପୂର୍ଣ୍ଣିମା ମଧ୍ୟ କୁହାଯାଏ । ଏହିଦିନ ଜଗନ୍ମାତା ମା’ ଲକ୍ଷ୍ମୀ ଦେବୀଙ୍କର ଆରାଧନା କରାଯାଉଥିବାରୁ ଏହାକୁ ଗଜଲକ୍ଷ୍ମୀ ପୂଜା ବା କୋଜାଗାର ଲକ୍ଷ୍ମୀ ପୂଜା ମଧ୍ୟ କୁହାଯାଏ । ଏହି ଦିନ ଓଡ଼ିଶାବାସୀ ତୁଳସୀ ଚଉରା, ଗଜଲକ୍ଷ୍ମୀ, ଚନ୍ଦ୍ର, ସୂର୍ଯ୍ୟ ଓ କାର୍ତ୍ତିକଙ୍କର ପୂଜା ଆରାଧନା କରି ନିଜର ସୁଖ, ସୌଭାଗ୍ୟ, ଯଶ, ଧନ ଓ ପୌରୁଷ କାମନା କରିଥାନ୍ତି । ଓଡ଼ିଶାରେ ଏହି ପର୍ବ ସାଧାରଣତଃ କୁମାରୀ କନ୍ୟାମାନେ କାର୍ତ୍ତିକେୟଙ୍କ ଭଳି ସୁନ୍ଦର ଜୀବନସାଥୀ ପାଇବା ପାଇଁ କରିଥାନ୍ତି । ତେବେ ମହାରାଷ୍ଟ୍ର, ପଶ୍ଚିମ ବଙ୍ଗ, ଗୁଜରାଟ ଭଳି ଭାରତର ଅନ୍ୟାନ୍ୟ ରାଜ୍ୟରେ ସ୍ତ୍ରୀ ପୁରୁଷ ନିର୍ବିଶେଷରେ ସମସ୍ତେ ଏହି ପର୍ବକୁ ପାଳନ କରିଥାନ୍ତି । ଏହି ଦିନ ଚନ୍ଦ୍ର ପୃଥିବୀର ନିକଟତମ ସ୍ଥିତିରେ ଥାଏ ଏବଂ ଚନ୍ଦ୍ର କିରଣ ମଣିଷର ସ୍ୱାସ୍ଥ୍ୟ ଓ ଚିନ୍ତାଧାରା ଉପରେ ସକରାତ୍ମକ ପ୍ରଭାବ ପକାଇଥାଏ ବୋଲି ବିଶ୍ୱାସ ରହିଛି । ତେଣୁ ଏହି ଦିନଟିକୁ ଭାରତର ବିଭିନ୍ନ ପ୍ରାନ୍ତରେ ଖୁବ୍ ଆଡ଼ମ୍ବର ସହକାରେ ପାଳନ କରାଯାଇଥାଏ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଦଶହରା ଓଡ଼ିଶାରେ ପାଳିତ ଏକ ଗଣପର୍ବ । ଓଡ଼ିଶା ଭିନ୍ନ ବିଭିନ୍ନ ଭାରତୀୟ ରାଜ୍ୟରେ ଏହା ଦଶେରା, ନବରାତ୍ରି, ଦୁର୍ଗା ପୂଜା ନାମରେ ସମାନ ସମୟରେ ପାଳିତ । ଏହା ଆୟୁଧ ପୂଜା ବା ଅସ୍ତ୍ରପୂଜା ନାମରେ ଓଡ଼ିଶାରେ ଆଗରୁ ପାଳିତ ହେଉଥିଲା ଯାହା ପରେ ବଙ୍ଗରୁ ଆରମ୍ଭ ମାଟି ମୂର୍ତ୍ତି ନିର୍ମାଣ କରି ଦୁର୍ଗା ପୂଜା ଅଥବା ଉତ୍ତର ଭାରତରେ ପାଳିତ "ନବରାତ୍ରି" ସହିତ ପାଳିତ ହୋଇଆସୁଛି । ଦଶହରା ଅବସରରେ ଖଣ୍ଡା, ଢାଲ, ଲଙ୍ଗଳ ଲୁହା, କରଣୀ ଆଦି ବିଭିନ୍ନ ପାରମ୍ପାରିକ ଯନ୍ତ୍ର ଓ ଉପକରଣ ଆଦି ଏହି ଦିନ ପୂଜା କରାଯାଇଥାଏ । ଓଡ଼ିଶା ଏକ କୃଷିପ୍ରଧାନ ରାଜ୍ୟ ହୋଇଥିବାରୁ କୃଷିଭିତ୍ତିକ ଉପକରଣ ହଳ-ଲଙ୍ଗଳ, ଐତିହାସିକ ଯୁଦ୍ଧରେ ଅରି ପରାହତ ନିମନ୍ତେ ବ୍ୟବହାର ହୋଇଥିବାରୁ ଖଣ୍ଡା, ଢାଲ ଆଦି ଉପକରଣ ତଥା ନଥିକରଣରେ ମୁଖ୍ୟ ଭୂମିକା ନିଭାଇଥିବାରୁ କରଣୀ ଆଦି ଉପକରଣକୁ ଏହି ଦିନ ପୂଜା କରାଯାଇଥାଏ । ଏହା ଓଡ଼ିଶାର ବିଭିନ୍ନ ଜାତିର ଲୋକଙ୍କ କୌଳିକ ପେଷାର ଉପକରଣମାନଙ୍କ ପ୍ରତି ଅଙ୍ଗୀକାରବଦ୍ଧତାକୁ ଦର୍ଶାଇବା ନିମନ୍ତେ ପାଳିତ ହୋଇଥାଏ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ମହାମାୟୀ ଦୁର୍ଗା ସମଗ୍ର ଦେବକୁଳର ସର୍ବୋତ୍ତମ ଅସ୍ତ୍ରଗୁଡିକର ଅଧିକାଅରିଣୀ । ସେ ମଧ୍ୟ ସେସବୁ ଅସ୍ତ୍ରର ପ୍ରୟୋଗକାରିଣୀ । ପଶୁରାଜ ସିଂହ ଦୁର୍ଗାଙ୍କ ବାହାନ । ତାଙ୍କ ଅଙ୍ଗଭୂଷଣ ତଥା ଅଙ୍ଗରକ୍ଷୀ ଭାବେ କାର୍ଯ୍ୟ କରୁଛନ୍ତି ବିଷଧର ନାଗକୁଳ । ମାର୍କଣ୍ଡେୟ ପୁରାଣ ଅନ୍ତର୍ଗତ ‘ଚଣ୍ଡୀ’ରେ କୁହାଯାଇଛି ଭଗବତୀ ଚଣ୍ଡିକା ମହାମାୟା ଏବଂ ସନାତନୀ ଦେବୀ ହେଇଥିଲେ ହେଁ ବିଶ୍ଵର କଲ୍ୟାଣ ପାଇଁ ସେ ବାରମ୍ବାର ଆବିର୍ଭୂତା ହୋଇଥାନ୍ତି । ପ୍ରତ୍ୟେକ ମନୁଷ୍ୟର ଶରୀରରେ ଆଦ୍ୟାଶକ୍ତି କୁଳକୁଣ୍ଡଳିନୀ ରୂପେ ବିରାଜିତା । ସୃଷ୍ଟିର ପ୍ରଥମ ଉଚ୍ଚାରଣ ମା’ । ସେ ଗର୍ଭଧାରିଣୀ ଲାଳନପାଳନ କର୍ତ୍ତ୍ରୀ ତଥା ତ୍ୟାଗ,ଦୟା,ଦୟା, କ୍ଷମା ଓ ମମତାର ପ୍ରତୀକାତ୍ମକ ରୂପ । ମା’ଙ୍କର ଉପାସନା ଇତିହାସର ବର୍ଗବନ୍ଧନୀଠାରୁ ମଧ୍ୟ ବହୁ ପୁରାତନ । ଆଦ୍ୟାଶକ୍ତି ଭାବେ ସେ ସର୍ବଶକ୍ତିମୟୀ।
ଭୂମିକମ୍ପ ଏକ ପ୍ରକୃତିକ ଦୁର୍ବିପାକ ଅଟେ । ଇଂରାଜୀରେ ଏହାକୁ earthquake, quake, tremor ବା temblor କୁହାଯାଏ । ପୃଥିବୀ ପୃଷ୍ଠରୁ ହଠାତ ବହୁତ ପରିମାଣରେ ଶକ୍ତି ନିର୍ଗତ ହେବା ଯୋଗୁଁ ଭୂକମ୍ପୀୟ ତରଙ୍ଗ (seismic wave) ସୃଷ୍ଟି କରେ । ଭୂଗର୍ଭସ୍ଥ ଶିଳାସ୍ତରରେ ଥିବା ତୃଟି ସ୍ଥଳ ଭାଙ୍ଗିଯିବା ଯୋଗୁ ସାଧାରଣତଃ ଭୂମିକମ୍ପ ହୁଏ । ସେଠାରେ ଥିବା ଦୁଇଟି ଶିଳା ବା ପ୍ଲେଟ ପରଷ୍ପର ସହ ଘସି ହୋଇ ସାମାନ୍ୟ ଲାଖିଯାଆନ୍ତି । ସେଗୁଡ଼ିକ ପରଷ୍ପରକୁ ଠେଲୁଥାଆନ୍ତି । ବେଳେ ବେଳେ ଚାପ ଅତ୍ୟାଧିକ ହେଲେ ସେଗୁଡ଼ିକ ଭାଙ୍ଗିଯାଏ ଓ ଭୂମିକମ୍ପ ହୁଏ । ଏହି ସମୟରେ ମଧ୍ୟ ଶିଳା ସ୍ତର ଘୁଞ୍ଚୁଥାଏ । ଆଉଥରେ ଯେତେବେଳେ ଦୁଇ ସ୍ତର ଲାଖିଯାଆନ୍ତି ସେତେବେଳେ ଏହା ବନ୍ଦ ହୁଏ । ଏହି ଚାପଗ୍ରସ୍ତ ସ୍ଥାନର ଠିକ୍ ଉପରକୁ ଥିବା ଭୂପୃଷ୍ଠକୁ ଏପିସେଣ୍ଟର କୁହାଯାଏ । ଭୂମିକମ୍ପର ଆବୃତ୍ତି, ଆକାର ଓ ଟାଇପକୁ ସିସ୍ମିସିଟି, ସିସ୍ମିଜିମ୍ କିମ୍ବା ସିସ୍ମିକ କ୍ରିୟା କୁହାଯାଏ ।
ଆର୍କ୍ମିଡ଼ିସ୍ (ଖ୍ରୀଷ୍ଟପୂର୍ବ ୨୮୭-୨୧୨) ସିରାକସରେ ଜନ୍ମଗ୍ରହଣ କରିଥିଲେ । ସେ ଗ୍ରୀସର ଅଧିବାସୀ ଥିଲେ । ସେ ଏକାଧାରରେ ଜଣେ ଗଣିତଜ୍ଞ, ପଦାର୍ଥ ବିଜ୍ଞାନୀ, ଇଞ୍ଜିନିୟର, ଉଦ୍ଭାବକ ଏବଂ ଗ୍ରହ ବିଜ୍ଞାନ ବିଶାରଦ ଥିଲେ । ପ୍ରାଚୀନକାଳର ବୈଜ୍ଞାନିକମାନଙ୍କ ମଧ୍ୟରେ ସେ ଥିଲେ ଅନ୍ୟତମ । ସେ ଆଧୁନିକ ପଦାର୍ଥ ବିଜ୍ଞାନରେ ଉଦସ୍ଥିତି ବିଜ୍ଞାନ (Hydrostatics)ର ମୂଳଦୂଆ ପକାଇ ଥିଲେ ଏବଂ ଭାରଦଣ୍ଡର ସୂତ୍ରକୁ ବ୍ୟାଖ୍ୟା କରିଥିଲେ । ବହୁତ ଗୁଡ଼ିଏ ଦର୍ପଣଦ୍ଵାରା ବଡ଼ ବଡ଼ ଜାହାଜରେ ନିଆଁ ଲଗାଇ ଦେଇ ପାରୁଥିଲେ । ତାଙ୍କୁ ଜଣେ ସର୍ବକାଳୀନ ଶ୍ରେଷ୍ଠ ଗଣିତଜ୍ଞ ରୂପେ ଗଣନା କରାଯାଏ।
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯)
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯) ୨୦୧୫ରେ ପ୍ରକାଶିତ ଏକ ଓଡ଼ିଆ ବହି । ଏଥିରେ ୧୯୩୬ରୁ ୧୯୬୯ ଭିତରେ ମୁକ୍ତିଲାଭ କରିଥିବା ଓଡ଼ିଆ ସିନେମା ସଂଗୀତ ସଂକଳିତ । ଏହା ସାମ୍ବାଦିକ ଓ ଓଡ଼ିଆ ଚଳଚ୍ଚିତ୍ର ସଂରକ୍ଷକ ସୂର୍ଯ୍ୟ ଦେଓଙ୍କଦ୍ୱାରା ସଂକଳିତ । ଏଥିରେ ଚଳଚ୍ଚିତ୍ର ସମ୍ପୂର୍ଣ୍ଣ ସଙ୍ଗୀତ ସହ ସେସବୁର ବିବରଣୀ, ସଂଗୀତକାର ଓ ଗୀତିକାରଙ୍କ ସମ୍ବନ୍ଧରେ ସଂକ୍ଷିପ୍ତ ପରିଚୟ ଏବଂ ଚଳଚ୍ଚିତ୍ର ସଙ୍ଗୀତର ପରଦା ପଛର କାହାଣୀ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱର ସ୍ଥିତ ସୃଜନଦ୍ୱାରା ୨୦୧୫ ମସିହାରେ ମେ ୨୩ ତାରିଖରେ ପ୍ରଥମେ ପ୍ରକାଶିତ ହୋଇଥିଲା । ଏଥିରେ ମନୋଜ ଦାସ, ମାୟାଧର ମାନସିଂହ, ଗୋଦାବରୀଶ ମହାପାତ୍ର, କୃଷ୍ଣପ୍ରସାଦ ବସୁ ଆଦି ଓଡ଼ିଆ ଲେଖକଙ୍କ ରଚନା ସ୍ଥାନୀତ ହୋଇଥିବା ଗୀତ ରହିଛି ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
ଭାରତର ଉତ୍ତରତମ ଓ ଚୀନ ଓ ତିବ୍ବତର ଦକ୍ଷିଣରେ ଥିବା ଭୂଖଣ୍ଡକୁ ନେଇ ଭାରତ ଓ ଚୀନ ମଧ୍ୟରେ ଅନେକ ସମୟରେ ସୀମାରେଖା ସମ୍ଵନ୍ଧୀୟ ବିବାଦ ଲାଗି ରହିଛି । “ଅକ୍ସାଇ ଚୀନ” ଅଞ୍ଚଳ ଜାମ୍ମୁ ଓ କାଶ୍ମୀରର ଅଂଶ ବୋଲି ଭାରତ ଦାବୀ କରୁଥିଲା ବେଳେ ଏହି ଅଞ୍ଚଳ ଚିନ୍-ଜିଆଂଗ୍ ଅଞ୍ଚଳର ବୋଲି ଚୀନ ଦାବୀ କରୁଛି । ଅକ୍ସାଇ ଚୀନ ଅଞ୍ଚଳ ସମୁଦ୍ର ପତନଠାରୁ ବହୁତ ଉର୍ଦ୍ଧ୍ଵରେ ଓ ଏଠାରେ ମନୁଷ୍ୟ ବସବାସ କରନ୍ତି ନାହିଁ । କିନ୍ତୁ ଚୀନ ଏହି ସ୍ଥାନରେ ଜିନ୍-ଜିଆଂଗ୍ ଓ ତିବ୍ବତକୁ ସଂଯୋଗ କରୁଥିବା ଏକ ସଡକପଥ ନିର୍ମାଣ କରିଛି ଓ ଏହି ଅଞ୍ଚଳକୁ ନିୟନ୍ତ୍ରଣ କରୁଛି । ମ୍ୟାକ୍-ମୋହନ୍ ରେଖାର ଦକ୍ଷିଣ ପାର୍ଶ୍ଵରେ ମଧ୍ୟ କିଛି କ୍ଷେତ୍ର ବିବାଦିତ । ଅରୁଣାଚଳ ପ୍ରଦେଶ ନାମକ ଭାରତୀୟ ରାଜ୍ୟ ପୂର୍ବେ ଉତ୍ତର-ପୂର୍ବ ଫ୍ରଣ୍ଟିୟର୍ ଏଜେନ୍ସି ନାମରେ ଜଣା ଥିଲା ଓ ଏହା ଚୀନର ଅଂଶ ବୋଲି ଚୀନ ଦାବୀ କରି ଆସୁଛି । ୧୯୧୪ ମସିହାରେ ସିମଳାରେ ସୀମାରେଖାକୁ ନେଇ ତତ୍କାଳୀନ ବ୍ରିଟିଶ୍ ଶାସନାଧୀନ ଭାରତ ଓ ତିବ୍ବତ୍ ମଧ୍ୟରେ ଚୁକ୍ତି ହୋଇ ମ୍ୟାକ୍-ମୋହନ ରେଖା ନିରୂପିତ ହୋଇଥିଲା । କିନ୍ତୁ ଚୀନ ସର୍ବଦା ଏପରି କୌଣସି ଚୁକ୍ତି ହୋଇନଥିଲା ବୋଲି କହି ଏହାର ପ୍ରତ୍ୟାଖ୍ୟାନ କରିଆସୁଛି । ଏହି ଦୁଇଟି ବିବାଦୀୟ କ୍ଷେତ୍ରକୁ ନେଇ ଭାରତ ଓ ଚୀନ ମଧ୍ୟରେ ୧୯୬୨ ମସିହାରେ ଏକ ଯୁଦ୍ଧର ସୂତ୍ରପାତ ହୋଇଥିଲା । ପରସ୍ପର ପ୍ରତି ବିଶ୍ଵସନୀୟତାରେ ଅଭିବୃଦ୍ଧି ଓ ଦୁହିଁଙ୍କ ସମର୍ଥନରେ ନିୟନ୍ତ୍ରଣରେଖା ନିର୍ଦ୍ଧାରଣ କରି ସମସ୍ତ ବିବାଦର ସମାଧାନ ପାଇଁ ୧୯୯୬ ମସିହାରେ ଏକ ଆଲୋଚନା ହୋଇଥିଲା । ସମଗ୍ର ଅରୁଣାଚଳ ପ୍ରଦେଶ ପ୍ରକୃତରେ ଚୀନର ଅଂଶ ବୋଲି ୨୦୦୬ ମସିହାରେ ଭାରତରେ ରହିଥିବା ଚୀନର ରାଷ୍ଟ୍ରଦୂତ କହିଥିଲେ ଓ ଏହା ଫଳରେ ସେଠାରେ ଉଭୟ ପକ୍ଷରୁ ନିୟୋଜିତ ସାମରିକ ବାହିନୀ ସଂଖ୍ୟାରେ ବୃଦ୍ଧି ଘଟିଲା । ଅନେକ ସମୟରେ ଉଭୟ ଦେଶ ଭାରତର ସିକ୍କିମ୍ ରାଜ୍ୟର ଉତ୍ତରୀୟ ଅଞ୍ଚଳରେ ପ୍ରାୟ ୧ କି.ମି.
ଓଡ଼ିଆ ଭାଗବତ ଜଗନ୍ନାଥ ଦାସଙ୍କ ରଚିତ ଓଡ଼ିଆ ଭାଷାର ଏକ ପୁରାତନ ସାହିତ୍ୟିକ ପୁରାଣ କୃତି । ଏହା ୧୪ଶ ଶତାବ୍ଦୀରେ ରଚିତ ।, ଭାଗବତ ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ଏହି ପୋଥିମାନଙ୍କୁ ଏକାଠି କରି ତାହାକୁ ଛପା ବହି ଆକାରରେ ପ୍ରକାଶ କରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଟୁଙ୍ଗି ଓ ଭାଗବତ ଗାଦି/ଭାଗବତ ଗୋସାଇଁ ଆଦି ସାମୁହିକ ଭାଗବତ ପାଠ ପାଇଁ ରହିଥିଲା । ଜଗନ୍ନାଥଙ୍କ ପାଖେ ମଧ୍ୟ ଭାଗବତ ପଢ଼ାଯାଏ । ଏହା ଆଗ କାଳରେ ଭାଗବତ ଟୁଙ୍ଗି ମାନଙ୍କରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ହେତୁ ଏହା ଓଡ଼ିଆ ଘର ମାନଙ୍କରେ ବୋଲାଯାଇଥାଏ । ଭାଗବତ ପ୍ରତି ଓଡ଼ିଆ ଘରେ ସନ୍ତାନ ଜନ୍ମ ହେବା ଏନ୍ତୁଡ଼ିଶାଳରେ, ମୁମୂର୍ଷର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ, ମହାମାରୀ, ହଇଜା ଓ ଗ୍ରାମର ଅନିଷ୍ଟ ଆଶଙ୍କା ଭୟରେ ଭାଗବତ ପାଠ କରାଯାଉଥିଲା ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ତାରିଣୀ ମନ୍ଦିର ଓଡ଼ିଶାର କେନ୍ଦୁଝର ଜିଲ୍ଲାର ଘଟଗାଁରେ ଥିବା ଏକ ଠାକୁରାଣୀ ମନ୍ଦିର । ଏଠାକାର ଅଧିଷ୍ଠାତ୍ରୀ ଦେବୀ ତାରିଣୀ । ପ୍ରବାଦରେ ଅଛି ଘଟଗାଁଠାରେ ଥିବା ମା ତାରିଣୀ ମନ୍ଦିରକୁ ୧୪୮୦ ମସିହାରେ କେନ୍ଦୁଝରର ତତ୍କାଳୀନ ରାଜା ଗୋବିନ୍ଦ ଭଞ୍ଜଦେଓ ନିର୍ମାଣ କରେଇଥିଲେ । ପୁରୀର ତତ୍କାଳୀନ ଗଜପତି ମହାରାଜାଙ୍କ ଆଦେଶକ୍ରମେ ମା ତାରିଣୀ ନୂଆ ମନ୍ଦିର ଘଟଗାଁଠାରେ ଶକ୍ତିପୀଠ ଭାବରେ ସ୍ଥାପିତ ହେଇପାରିଥିଲା । ମା ତାରିଣୀଙ୍କଠାରେ ମନାସିକ କାଲେ ତାହା ନିଶ୍ଚୟ ପୂରଣ ହୁଏ ବୋଲି ଭକ୍ତଙ୍କ ବିଶ୍ବାସ ଥାଏ ।
ଲକ୍ଷ୍ମୀନାରାୟଣ ସାହୁ (୩ ଅକ୍ଟୋବର ୧୮୯୦ - ୮ ଜାନୁଆରୀ ୧୯୬୩) ଜଣେ ଓଡ଼ିଆ ଲେଖକ, କବି, ସାମ୍ଵାଦିକ, ସମାଜସେବୀ, ସଂସ୍କାରକ, ଐତିହାସିକ ଓ ରାଜନୀତିଜ୍ଞ ଥିଲେ ।ବାଲେଶ୍ଵର ନିକଟସ୍ଥ ମଣିଖମ୍ଵ ଗ୍ରାମର କ୍ଷେତ୍ରମୋହନ ସାହୁଙ୍କର ସେ ଏକମାତ୍ର ସନ୍ତାନ ଥିଲେ । ସ୍କୁଲ ଶିକ୍ଷା ପରେ ସେ ଏକାଧିକ ବିଷୟରେ ଏମ୍.ଏ. ଓ ଏଲ୍.ଏଲ୍.ବି. ପାସ କରିଥିଲେ । ପୁରୀର ଭିକ୍ଟୋରିଆ କ୍ଳବ ହୋଟେଲରେ ଜଣେ ପରିଚାଳକ ଭାବେ ସେ ନିଜ କର୍ମମୟ ଜୀବନ ଆରମ୍ଭ କରିଥିଲେ । ଅଳ୍ପ କିଛି ଦିନ ପରେ ସେ ଚାକିରି ଛାଡି, ଶିକ୍ଷକତା କରିଥିଲେ । । ସେ ତାଙ୍କର ଜନଜାତି ସମ୍ପର୍କୀୟ ଲେଖା ଯୋଗୁ ଖ୍ୟାତିପ୍ରାପ୍ତ ହୋଇଥିଲେ । ଜନଜାତିଙ୍କର ପୁରୁଷ ପୁରୁଷ ଧରି ଚଳିଆସୁଥିବା ମୂଖନିସୃତ କାହାଣୀରେ ସ୍ଵର୍ଗ, ନର୍କ, ସୃଷ୍ଟି ଓ ମୃତ୍ୟୁ ବିଷୟରେ ସେ ଲେଖିଚାଲିଥିଲେ । ଓଡ଼ିଶାର ଗ୍ରାମ୍ୟ ନାଚ ତଥା ସଙ୍ଗୀତ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ସହ ଓତଃପ୍ରୋତ ଭାବେ ଜଡ଼ିତ ଥିଲେ ଓ ତାହାର ଉନ୍ନତି ଓ ସ୍ଥାୟୀତ୍ଵ ନିମନ୍ତେ କାମ କରିଥିଲେ । ଓଡ଼ିଆ ଛଡା ହିନ୍ଦୀ, ବଙ୍ଗଳା ଓ ସଂସ୍କୃତରେ ମଧ୍ୟ ଲେଖା ଲେଖି କରୁଥିଲେ । ଗଳ୍ପ ମଧ୍ୟରେ ବୀଣା, ସୁଲତା, କଣ୍ଟ୍ରୋଲ ରୁମ୍, କବିତା ମଧ୍ୟରେ ପଶର ଓ ସାମାଜିକ ଗଳ୍ପ ସ୍ପ୍ରିଙ୍ଗ ଅଫ୍ ଦି ସୋଲ୍ ତାଙ୍କୁ ପ୍ରସିଦ୍ଧି ଆଣିଥିଲା । ଓଡ଼ିଆ ଖବରକାଗଜ ସହକାର ଓ ଇଂରାଜୀ ଖବରକାଗଜ ଷ୍ଟାର ଅଫ୍ ଉତ୍କଳରେ ଲେଖୁଥିଲେ । ଅସ୍ପୃଶ୍ୟପ୍ରଥା ଓ ମହିଳାମାନଙ୍କ ଦୁର୍ଗତି ବିରୁଦ୍ଧରେ ସେ ସମାଜ ସଂସ୍କାରକ ଭାବେ କାମ କରୁଥିଲେ । ସେ ଓଡ଼ିଶା ଆସେମ୍ଵ୍ଲିକୁ ୧୯୪୭ ମସିହାରେ ନିର୍ବାଚିତ ହୋଇଥିଲେ ଓ ଭାରତର କନ୍ସ୍ଟିଚୁଏଣ୍ଟ ଆସେମ୍ଵ୍ଲିର ସେ ସଭ୍ୟ ଥିଲେ । ସେ ତାଙ୍କର ଅଗ୍ନିବର୍ଷୀ ସାରଗର୍ଭକ ଭାଷଣଦ୍ଵାରା ଭାରତର ସମ୍ଵିଧାନର ଚିଠା ପ୍ରସ୍ତୁତ ବେଳେ ଯୁକ୍ତି କରି କହିଥିଲେ ଯେ ତାହା ବିପଦଜନକ ଓ ବିପରୀତଧର୍ମୀ ଥିଲା ଯାହାକୁ ବାହାର ନ କଲେ ଭାରତକୁ ଭବିଷ୍ୟତରେ ଖଣ୍ଡ ବିଖଣ୍ଡ କରିଦେବ ଓ ଏହି ଯୁକ୍ତିକୁ ବି.
ଡାର୍କ ୱେବ ହେଉଛି ୱାର୍ଲଡ଼ ୱାଇଡ଼ ୱେବର ଏପରି ଏକ ଅଂଶ ଯାହା ଡାର୍କ ନେଟରେ ପରିଚାଳିତ ହୋଇଥାଏ । ଡାର୍କ ୱେବରେ ଥିବା ତଥ୍ୟକୁ ହାସିଲ କରିବା ପାଇଁ କିଛି ବିଶେଷ ସଫ୍ଟୱେର ଏବଂ ପ୍ରଣାଳୀ ଆବଶ୍ୟକ । ଡାର୍କ ୱେବ ଡିପ ୱେବର ଏକ ଛୋଟ ଅଂଶ ପ୍ରସ୍ତୁତ କରିଥାଏ । ଡ଼ିପ ୱେବ ଇଣ୍ଟରନେଟର ଏପରି ଏକ ଅଂଶ ଯାହା କି ସନ୍ଧାନୀ ସଫ୍ଟୱେୟାରଦ୍ୱାରା ଈଂଡେ଼କ୍ସ ହୋଇ ନଥାଏ । ଡାର୍କ ୱେବ ଏବଂ ଡ଼ିପ ୱେବ ଏକା ପ୍ରକାରର ଲାଗୁ ଥିଲେ ମଧ୍ୟ ସେମାନଙ୍କୁ ସମାନ ବୋଲି ଭାବିନେବା ଠିକ ନୁହେଁ ।
ସ୍ଟିଭେନ୍ସ ଜନସନ ସିଣ୍ଡ୍ରୋମ (ଇଂରାଜୀ ଭାଷାରେ Stevens–Johnson syndrome ବା ଏସଜେଏସ/ SJS) ଏକ ପ୍ରକାର ସାଂଘାତିକ ଚର୍ମ ପ୍ରତିକ୍ରିୟା (skin reaction) ରୋଗକୁ କୁହାଯାଏ । ଏସଜେଏସ ଅଳ୍ପ ସାଂଘାତିକ ହୋଇ ଟକ୍ସିକ ଏପିଡର୍ମାଲ ନେକ୍ରୋଲାଇସିସ (toxic epidermal necrolysis ବା ଟେନ/ TEN) ସହିତ ମିଶି ଏକ ସ୍ପେକ୍ଟ୍ରମ ସୃଷ୍ଟି କରେ । ଆରମ୍ଭରେ ଫ୍ଲୁ ଭଳି ଲକ୍ଷଣ ଓ ଜ୍ୱର ହୁଏ । ଅଳ୍ପ କିଛି ଦିନ ପରେ ଫୋଟକା ହୁଏ ଓ ଚୋପା ଛାଡ଼ି ସେ ଯାଗା ଖୋଲା ରହିଯାଏ । ପାଟିରେ ଥିବା ମ୍ୟୁକସ ଝିଲ୍ଲି (Mucous membranes) ପ୍ରଭାବିତ ହୁଏ । ରୋଗ ଜଟିଳ ହେଲେ ନିର୍ଜଳନ (dehydration), ସେପ୍ସିସ୍, ନିମୋନିଆ, ଓ ମଲ୍ଟିପ୍ଲ ଅର୍ଗାନ ଫେଲିୟୋର (multiple organ failure) ହୁଏ ।
୧୯୪୫ ନଭେମ୍ବର ୧୬ରେ ଜାତିସଂଘ ଶିକ୍ଷା, ବିଜ୍ଞାନ ଓ ସାଂସ୍କୃତିକ ସଙ୍ଗଠନ ୟୁନେସ୍କୋ ପ୍ରତିଷ୍ଠା କରାଯାଇଥିଲା । ଶିକ୍ଷା, ବିଜ୍ଞାନ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ମାଧ୍ୟମରେ ବିଶ୍ଵରେ ଶାନ୍ତି ଓ ନିରାପତ୍ତା ବଜାୟ ରଖିବା ଏବଂ ବିଭିନ୍ନ ଦେଶ ସହ ସୁସମ୍ପର୍କ ପ୍ରତିଷ୍ଠା କରିବା ଥିଲା ଏହି ସଙ୍ଗଠନର ମୂଖ୍ୟ ଉଦ୍ଦେଶ୍ୟ । ତା'ଛଡା ସାମାଜିକ ନ୍ୟାୟ, ମାନବିକ ଅଧିକାର, ସୁରକ୍ଷା ଓ ମୌଳିକ ଅଧିକାର ପାଇଁ ମଧ୍ୟ ସଙ୍ଗଠନ କାର୍ଯ୍ୟ କରୁଛି । ବର୍ତ୍ତମାନ ଏହାର ସଦସ୍ୟ ସଂଖ୍ୟ ହେଉଛି ୧୯୫ । ପ୍ରତ୍ୟେକ ଦେଶରେ ଏହାର ଜାତୀୟ ଓ ଆଞ୍ଚଳିକ କାର୍ଯ୍ୟାଳୟ ମଧ୍ୟ ପ୍ରତିଷ୍ଠା କରାଯାଇଛି । ତା'ଛଡା ସାକ୍ଷାରତା ପ୍ରଯୁକ୍ତିବିଦ୍ୟା,ଶିକ୍ଷକ ତାଲିମ କାର୍ଯ୍ୟକ୍ରମ, ଆନ୍ତର୍ଜାତୀୟ ବିଜ୍ଞାନ କାର୍ଯ୍ୟକ୍ରମ ,ଗଣମାଧ୍ୟମର ସ୍ଵାଧୀନତା ଓ ସାଂସ୍କୃତିକ ବିବିଧତାର ବିକାଶ , ସାହିତ୍ୟ କୃତିର ଅନୁବାଦ ଏବଂ ବିଶ୍ଵ ଓ ସାଂସ୍କୃତିକ କେନ୍ଦ୍ର ତଥା ଐତିହ୍ୟ ସ୍ଥଳୀର ସୁରକ୍ଷା ପାଇଁ ଏହା କାର୍ଯ୍ୟ କରି ଆସୁଛି ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
କୃଷ୍ଣ ହିନ୍ଦୁ ଦେବତା ଓ ଭଗବାନ ବିଷ୍ଣୁଙ୍କ ଅବତାର। କୃଷ୍ଣ ଅନ୍ୟ ହିନ୍ଦୁ ଦେବାଦେବୀଙ୍କ ଠାରୁ ଅଧିକ ଆଦରଣୀୟ ଏବଂ ଲୋକପ୍ରିୟ ଦେବତା ମଧ୍ୟରେ ଅନ୍ୟତମ। ଅବତାର ଅର୍ଥ ଅବତୀର୍ଣ୍ଣ ହେବା,ଭକ୍ତ ମାନଙ୍କୁ ଦିବ୍ୟାନନ୍ଦ ପ୍ରଦାନ ନିମିତ୍ତ ଓ ଭଗବତ ଧର୍ମ ଠିକ ସ୍ଥାନରେ ଲାଗି ଦେବକୀଙ୍କ ଗର୍ଭରୁ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ। ଶଙ୍ଖ,ଚକ୍ର,ଗଦା,ପଦ୍ମଧାରୀ ସ୍ଵରୂପରେ ମାତାପିତାଙ୍କୁ ଦର୍ଶନ ଦେଇଥିଲେ। ବାଳକ ରୂପରେ ଲୀଳା ଛଳରେ ଦୈତ୍ୟମାନଙ୍କୁ ସ୍ଵଧାମକୁ ପଠେଇ ପୃଥିବୀର ପାପ ଭାର ଲାଘବ କରିଥିଲେ। ବ୍ରହ୍ମା,ଶଙ୍କର ସନକାଦି ମୂନିଋଷିଙ୍କର ପୂଜ୍ୟ ହୋଇମଧ୍ୟ ସାଧାରଣ ବାଳକ ପରି ଲୀଳା କରୁଥିଲେ।
ସରୋଜିନୀ ନାଇଡୁ ଜଣେ କବି, ନାରୀନେତ୍ରୀ ଓ ବାଗ୍ମୀ ହିସାବରେ ସେ ପରିଚିତା । ସେ ଦେଶର ପ୍ରଥମ ମହିଳା ରାଜ୍ୟପାଳ ଓ ଭାରତୀୟ ଜାତୀୟ କଂଗ୍ରେସର ପ୍ରଥମ ମହିଳା ଅଧ୍ୟକ୍ଷ ଥିଲେ । ସରୋଜିନୀଙ୍କୁ ଭାରତୀୟ କୋକିଳ ବୋଲି କୁହାଯାଏ । ଭାରତୀୟ ସ୍ଵାଧୀନତା ଆନ୍ଦୋଳନରେ ଗାନ୍ଧିଜୀଙ୍କ ସହଯୋଗୀ ରୁପେ ସରୋଜିନୀ ନାଇଡୁଙ୍କ ଅବଦାନ ଅତୁଳନୀୟ । ଜଣେ ଇଂରାଜୀ କବି ରୂପେ ଭାରତୀୟ ଇଂରାଜୀ ସାହିତ୍ୟର ଇତିହାସରେ ତାଙ୍କ ସ୍ଥାନ ଅତ୍ୟନ୍ତ ଗୁରୁତ୍ଵପୂର୍ଣ୍ଣ ।
ଦୀପକ ମିଶ୍ର, ଭାରତର ସର୍ବୋଚ୍ଚ ନ୍ୟାୟାଳୟର ୪୫ତମ ମୁଖ୍ୟ ବିଚାରପତି । ୨୮ ଅଗଷ୍ଟ ୨୦୧୭ରେ ସେ ଏହି କାର୍ଯ୍ୟଭାର ଗ୍ରହଣ କରି ୨୦୧୮ ଅକ୍ଟୋବର ୨ ତାରିଖ ପର୍ଯ୍ୟନ୍ତ ଦାୟିତ୍ୱ ତୁଲାଇବେ । ଏହି ପଦ ଅଳଙ୍କୃତ କରିବାରେ ସେ ତୃତୀୟ ଓଡ଼ିଆ । ତାଙ୍କ ପୂର୍ବରୁ ରଙ୍ଗନାଥ ମିଶ୍ର ୨୧ତମ ମୁଖ୍ୟ ବିଚାରପତି ଭାବେ ୨୫ ସେପ୍ଟେମ୍ବର ୧୯୯୦ରୁ୨୪ ନଭେମ୍ବର ୧୯୯୧ପର୍ଯ୍ୟନ୍ତ ଓ ଗୋପାଳବଲ୍ଲଭ ପଟ୍ଟନାୟକ ୩୨ତମ ମୁଖ୍ୟ ବିଚାରପତି ଭାବରେ ୮ ନଭେମ୍ବର ୨୦୦୨ରୁ ୧୯ ଡିସେମ୍ବର ୨୦୦୨ ପର୍ଯ୍ୟନ୍ତ ଏହି ପଦବୀରେ ଅବସ୍ଥାପିତ ଥିଲେ ।
ଅକ୍ଷୟ ମହାନ୍ତି (୧୨ ଅକ୍ଟୋବର ୧୯୩୭ – ୧୭ ନଭେମ୍ବର ୨୦୦୨) (ଅନ୍ୟନାମ: ଖୋକା ଭାଇ) କଟକଠାରେ ଜନ୍ମିତ ଜଣେ ଓଡ଼ିଆ ଗାୟକ, ସଙ୍ଗୀତଜ୍ଞ, ସଂଗୀତଜ୍ଞ, ଗାଳ୍ପିକ, ଔପନ୍ୟାସିକ ଓ ଭ୍ରମଣ କାହାଣୀ ଲେଖକ । ସେ ଓଡ଼ିଆ କଥାଚିତ୍ର, ପଲ୍ଲୀଗୀତ, ଭଜନମାନଙ୍କରେ କଣ୍ଠଦାନ କରିଛନ୍ତି, ତାଙ୍କୁ ଓଡ଼ିଆ ଆଧୁନିକ ଓ ସୁଗମ ସଙ୍ଗୀତର ଜନ୍ମଦାତା ବୋଲି କୁହାଯାଇଥାଏ । ଓଡ଼ିଶାର ଅନେକ ଲୋକକଥା ଓ ଗୀତକୁ ନେଇ ସେ ସଙ୍ଗୀତ ସଂଯୋଜନା କରିଛନ୍ତି ।