ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଡୋପାମିନ୍, ଏକ ବିକ୍ରୟ ନାମ ଇଣ୍ଟ୍ରୋପିନ (Intropin) ଏକ ଔଷଧ ଯାହା ସାଧାରଣ ଭାବରେ ଅତି ନିମ୍ନ ରକ୍ତଚାପ, ଲକ୍ଷଣ ପ୍ରକାଶିତ ଧୀର ହୃତ୍ସ୍ପନ୍ଦନ ହାର ଓ ହୃଦ୍ରୋଧ ଚିକିତ୍ସା ନିମନ୍ତେ ଏପିନେଫ୍ରିନ ନ ମିଳୁଥଲେ ଦିଆଯାଏ । ନବଜାତ ଶିଶୁଙ୍କର ନିମ୍ନ ରକ୍ତଚାପ ଥିଲେ ଏହା ପସନ୍ଦ ଯୋଗ୍ୟ ଔଷଧ ହୁଏ । ନିମ୍ନ ରକ୍ତଚାପରେ ପିଲାମାନଙ୍କର ଏପିନେଫ୍ରିନ ବା ନରଏପିନେଫ୍ରିନ ସାଧାରଣତଃ ବ୍ୟବହାର କରାଯାଉଥିବା ବେଳେ ବୟସ୍କ ଲୋକଙ୍କୁ ନରଏପିନେଫ୍ରିନ ଦିଆଯାଏ । ଏହା ଶିରାଭ୍ୟନ୍ତର ଇଞ୍ଜେକସନ ବା ଇଣ୍ଟ୍ରାଓସିଅସ ଇନଫ୍ୟୁଜନ ଆକାରରେ ଦିଆଯାଏ । ଔଷଧ ପ୍ରଭାବ ୫ ମିନିଟ ମଧ୍ୟରେ ଆରମ୍ଭ ହୁଏ । ଡୋଜ ଆବଶ୍ୟକତା ଅନୁସାରେ ବଢ଼େଇ ଦିଆଯାଏ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ମୁଁ ଆଶିକ୍ ମୁଁ ଆୱାରା, ୨୦୧୩ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ସୁକାନ୍ତ ସାହୁ । ଏସ୍ କେ ମୁରଲୀଧରନ ଏହି କଥାଚିତ୍ରଟିର କାହାଣୀ, ଚିତ୍ରନାଟ୍ୟ ରଚନା କରିବା ସହ ନିର୍ଦ୍ଦେଶନା ଦେଇଥିଲେ । ଦୀପକ ଜେନା କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ସଙ୍ଗୀତ ନିର୍ଦ୍ଦେଶକ ବିକାଶ ଶୁକ୍ଳା ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଦୁର୍ଗା ପୂଜା ହିନ୍ଦୁଧର୍ମାବଲମ୍ବୀମାନଙ୍କର ତଥା ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହି ପର୍ବର ଶେଷ ଦିନଟିକୁ ଦଶହରା ବା ବିଜୟା ଦଶମୀ ନାମରେ ପରିଚିତ । ଦୁର୍ଗା ପୂଜା ଶକ୍ତି ଉପାସନାର ପର୍ବ । ଏହା ବିଭିନ୍ନ କୁଳାଚାର ମତେ ଷୋଳଦିନ, ନଅଦିନ ବା ତିନିଦିନ ଧରି ପାଳିତ ହୁଏ । ମୁଖ୍ୟତଃ ଶରତ ଋତୁର ଆଶ୍ଵିନ ଶୁକ୍ଲପକ୍ଷ ପ୍ରତିପଦ ଠାରୁ ନବମୀ ବିଶେଷଭାବେ ଦେବୀଙ୍କ ପୂଜନର ପ୍ରକୃଷ୍ଟ ସମୟ ହୋଇଥିଲେ ହେଁ ଚୈତ୍ର ଶୁକ୍ଲ ପକ୍ଷରେ ମଧ୍ୟ ଏହା ବାସନ୍ତୀ ନବରାତ୍ର ରୂପେ ପାଳନ କରାଯାଇଥାଏ । ଦେବୀ ପୁରାଣ ଓ କାଳିକା ପୁରାଣରେ ଦୁର୍ଗାପୂଜାକୁ ଶାରଦୀୟ ପାର୍ବଣ କୁହାଯାଉଥିବା ବେଳେ ମାର୍କଣ୍ଡେୟ ପୁରାଣରେ ବାର୍ଷିକୀ ଶାରଦ ପୂଜନ କୁହାଯାଏ । ଦେବୀ ଦୁର୍ଗା ଦୁଃଖନାଶିନୀ।ନବରାତ୍ରୀରେ ଦୁର୍ଗାଙ୍କୁ ଶ୍ରଦ୍ଧାର ସହ ପୂଜା କଲେ ଉପାସକ ନବଶକ୍ତି ପ୍ରାପ୍ତ ହେଇଥାନ୍ତି । ଶାରଦୀୟ ନବରାତ୍ରୀ କାଳରେ ବ୍ରହ୍ମାଣ୍ଡର ସମସ୍ତ ଗ୍ରହ ସକ୍ରିୟ ଥିବାରୁ ଶକ୍ତି ଉପାସକଙ୍କର କୈଣସି ଅନିଷ୍ଟ ହୁଏନାହିଁ । ଦୁର୍ଗାଙ୍କର ଏହି ନବଶକ୍ତି ଜାଗ୍ରତ କରିବା ପାଇଁ ନବାର୍ଣ୍ଣ ବା ନବାକ୍ଷରୀ ମନ୍ତ୍ର ଜପ କରିବା ପାଇଁ ପରାମର୍ଶ ଦିଆଯାଇଛି । ନବର ଅର୍ଥ ନଅ ଓ ଅର୍ଣର ଅର୍ଥ ଅକ୍ଷର । ନବାର୍ଣ୍ଣ ମନ୍ତ୍ରଟି ହେଉଛି - ଐଂ ହ୍ଲୀଂ କ୍ଲୀଂ ଚାମୁଣ୍ଡାୟୈ ବିଚ୍ଚେ।ଏହି ମନ୍ତ୍ରର ପ୍ରତ୍ୟେକ ଅକ୍ଷର ଦୁର୍ଗାଙ୍କ ଗୋଟିଏ ଗୋଟିଏ ଶକ୍ତିର ପରିଚାୟକ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଅନନ୍ତ ବାସୁଦେବ ମନ୍ଦିର ଏକ ହିନ୍ଦୁ ବିଷ୍ଣୁ ମନ୍ଦିର ଯାହା ଭୁବନେଶ୍ଵରର ବିନ୍ଦୁସାଗର ତୀରରେ ଅବସ୍ଥିତ । । ଗଙ୍ଗ ବଂଶର ରାଜା ତୃତୀୟ ଅନଙ୍ଗ ଭୀମଦେବଙ୍କ କନ୍ୟା ଚନ୍ଦ୍ରାବତୀ ଏହି ମନ୍ଦିରଟିକୁ ୧୨୭୮ମସିହାରେ ତୋଳାଇଥିବାର ଜଣାଯାଏ । ଏଠାରେ କୃଷ୍ଣ, ବଳରାମ ଏବଂ ସୁଭଦ୍ରାଙ୍କ ପୂର୍ଣ୍ଣାବୟବ ପ୍ରତିମା ପୂଜା କରାଯାଉଅଛି । ଅନନ୍ତ ବା ବଳରାମଙ୍କର ଦଣ୍ଡାୟମାନ ସପ୍ତଫେଣାକୃତି ମୂର୍ତ୍ତି ଡାହାଣ ହାତରେ ହଳ ଓ ବାମ ହାତରେ ମୂଷଳ ଧରି ପୂଜା ପାଆନ୍ତି । ବାସୁଦେବ ବା କୃଷ୍ଣଙ୍କ ମୂର୍ତ୍ତିଙ୍କ ହାତରେ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଶୋଭାପାଉଛି । ସୁଭଦ୍ରାଙ୍କ ମୂର୍ତ୍ତି ବିକସିତ ପଦ୍ମ ଉପରେ ଦଣ୍ଡାୟମାନ । ପଶ୍ଚିମମୂଖି ଏହି ତିନି ମୂର୍ତ୍ତି ଏକ ବେଦି ଉପରେ ଦଣ୍ଡାୟମାନ ଭାବରେ ପୂଜିତ । ମନ୍ଦିରର ଦକ୍ଷିଣ ପଶ୍ଚିମ କୋଣରେ ମାତଙ୍ଗୀ ମହାଲକ୍ଷ୍ମୀଙ୍କ ପ୍ରତିମା ଓ ପାଷାଣ ସ୍ତମ୍ଭ ଭାବରେ ସୁଦର୍ଶନ ସ୍ଥାପିତ ଅଛନ୍ତି । ସିଂହଦ୍ଵାରରେ ସିଂହମୂର୍ତ୍ତି ରହିଛି । ପାର୍ଶ୍ଵଦେବତା ଭାବରେ ଦକ୍ଷିଣରେ ବରାହ ଓ ଉତ୍ତରରେ ବାମନ ପୂଜା ପାଉଛନ୍ତି । ଦ୍ଵାରପାଳ ଅଛନ୍ତି ଜୟ-ବିଜୟ । ମନ୍ଦିର ବେଢାରେ ପିଢ଼ଦେଉଳ, ଜଗମୋହନ, ନାଟମନ୍ଦିର ଓ ଭୋଗମଣ୍ଡପ ରହିଛି ।
ଉଦୟଗିରି ଓ ଖଣ୍ଡଗିରି ଗୁମ୍ଫା ଅଧା ପ୍ରକୃତିକ ଓ ଅଧା ମଣିଷଦ୍ୱାରା ତିଆରି ଯାହାର ଐତିହାସିକ, ପୁରାତନ ତତ୍ତ୍ଵ ଓ ଧାର୍ମିକ ଗୁରୁତ୍ତ୍ଵ ରହିଛି । ଏହା ଓଡ଼ିଶାର ଭୁବନେଶ୍ଵରଠାରେ ଅବସ୍ଥିତ । ଗୁମ୍ଫାଗୁଡିକ ଦୁଇଟି ପାହାଡ଼ ଉଦୟଗିରି ଓ ଖଣ୍ଡଗିରିରେ ରହିଛି ଯାହା ହାତୀଗୁମ୍ଫାର ଶିଳାଲେଖରେ କୁମାରୀ ପର୍ବତ ନାମରେ ମଧ୍ୟ ଜଣା ଓ ଏହି ଦୁଇ ପାହାଡ଼ ଉଭୟଙ୍କ ଆଡକୁ ମୁଁହାଇ ରାସ୍ତାର ଦୁଇ ପାଖରେ ଅଛନ୍ତି ।ଖଣ୍ଡଗିରିରେ ୧୫ଟି ଗୁମ୍ଫା ଥିବାବେଳେ ଉଦୟଗିରିରେ ୧୮ଟି ଗୁମ୍ଫା ରହିଛି । ହାତୀ ଗୁମ୍ଫା ନିକଟରେ ବାରଭୁଜା ଦେବୀଙ୍କର ଏକ ମନ୍ଦିର ଅଛି।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଝାନସୀର ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ଵାଧୀନତା ସଂଗ୍ରାମର ଜଣେ ନାୟିକା । ସ୍ଵଦେଶ ଓ ସ୍ଵଜାତିକୁ ପରାଧୀନତାର ଶକ୍ତ ବନ୍ଧନରୁ ମୁକ୍ତ କରିବା ପାଇଁ ଯେଉଁ ନାରୀମାନେ ଆଗକୁ ମାଡି ଆସିଥିଲେ ସେମାନଙ୍କ ମଧ୍ୟରେ ଲକ୍ଷ୍ମୀବାଈ ଅଗ୍ରଗଣ୍ୟା। ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗ ଚାଳନା, ଅଶ୍ଵାରୋହଣ, ବିଭିନ୍ନ୍ ପ୍ରକାର ଶାରୀରିକ ବ୍ୟାୟମ,ଦୁର୍ଦ୍ଦାନ୍ତ ହସ୍ତୀ ମାନଙ୍କୁ ଆୟତ କରିବା ଆଦି ପୁରୁଷ ସୁଲଭ କଳାରେ ସେ ପାରଙ୍ଗମ ଥିଲେ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ଓଡ଼ିଶା ପର୍ବପର୍ବାଣୀର ରାଜ୍ୟ । ଏଠି ବାରମାସରେ ତେରପର୍ବ ପାଳନ କରାଯାଏ । ପ୍ରତ୍ୟେକ ପର୍ବପର୍ବାଣୀର ଏକ ନିଜସ୍ୱ ସ୍ୱତନ୍ତ୍ରତା ରହିଛି । ଉତ୍କଳୀୟ ପର୍ବପର୍ବାଣୀ ସାଧାରଣତଃ ଧର୍ମ ଓ ପୌରାଣୀକ ଉପାଖ୍ୟାନର ଭିତ୍ତି ଉପରେ ପ୍ରତିଷ୍ଠିତ । ଓଡ଼ିଶା ମାଟିରେ ଅଗଣିତ ଦେବୀ ଦେବତାଙ୍କର ଉପାସନା ହୋଇଥାଏ । ପ୍ରତ୍ୟେକ ପଲ୍ଲୀଗ୍ରାମରେ ନିଜର ଗ୍ରାମଦେବତା ବା ଗ୍ରାମଦେବତୀ ରହିଥାନ୍ତି। ଆଉ ଏଇ ଗ୍ରାମଦେବତା ବା ଦେବତୀ ମାଟିର ମଣିଷ ପରି ସାଧାସିଧା, ସରଗର ପରୀ କି ଯକ୍ଷ କିନ୍ନରଙ୍କ ପରି ଅଦ୍ଭୁତ ଆକାର ବା ବେଶଭୂଷାଧାରୀ ହୋଇ ନ ଥାନ୍ତି । ଆଉ ସମସ୍ତଙ୍କର ଥାଏ ଏକ ନିଆରା କିମ୍ବଦନ୍ତୀ, ଏକ ଅଲଗା ଇତିହାସ, ଭିନ୍ନ ଏକ ପରମ୍ପରା, ଏକ ପରବ, ଏକ ମଉଛବ । ପର୍ବପର୍ବାଣୀ ଗୁଡ଼ିକରେ ଜନଜୀବନର ସଂସ୍କୃତି, ଜାତୀୟତା ବୋଧ ଓ ଧର୍ମଧାରଣା ଆଦି ସଂଶ୍ଳିଷ୍ଠ । ଉତ୍କଳୀୟ ପର୍ବପର୍ବାଣୀ ମହାଭାରତୀୟ ସ୍ରୋତରୁ ଭିନ୍ନ ନୁହେଁ ବିଶେଷତଃ ପର୍ବପର୍ବାଣୀ, ଓଷାବ୍ରତ ଓ ଯାନିଯାତ୍ରା ଗୁଡ଼ିକ ତିଥି, ବାର, ନକ୍ଷତ୍ର, କୃଷିକର୍ମ, ଦେବଦେବୀ, ଶାସ୍ତ୍ରୀୟ କାହାଣୀ, ଲୋକକଥା, ଆନନ୍ଦମହୋତ୍ସବ ପାଇଁ ପାଳିତ ହୋଇଥାଏ ଉତ୍କଳୀୟ ପର୍ବପର୍ବାଣୀ ଗୁଡ଼ିକୁ ଚାରୋଟି ମୁଖ୍ୟ ଭାଗରେ ବିଭକ୍ତ କରାଯାଇପରେ ଯଥା । ଶାସ୍ତ୍ରୀୟ, ଲୌକିକ, ଆଞ୍ଚଳିକ ଓ କୃଷି ଭିତ୍ତିକ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ନିଗମାନନ୍ଦ ପରମହଂସ (୧୮୮୦ − ୧୯୩୫) ଜଣେ ଭାରତୀୟ ସାଧକ ଓ ଆଧ୍ୟାତ୍ମିକ ଗୁରୁ ଥିଲେ । ସେ ଭାରତର ପଶ୍ଚିମ ବଙ୍ଗ ରାଜ୍ୟର ନଦିଆ ଜିଲ୍ଲାର କୁତବପୁର ଗ୍ରାମର ଗୋଟିଏ ବ୍ରାହ୍ମଣ ପରିବାରରେ ୧୨୮୭ ସାଲ (୧୮ ଅଗଷ୍ଟ ୧୮୮୦) ଝୁଲଣ ପୂର୍ଣିମା ତିଥି ରେ, ଜନ୍ମ ଗ୍ରହଣ କରିଥିଲେ । ଭାରତର ସେ ଜଣେ ଅସାଧାରଣ ଶକ୍ତି ସମ୍ପନ୍ନ ସଦଗୁରୁ ଥିଲେ । ସନ୍ୟାସୀ ଗ୍ରହଣ ପରେ ପରମହଂସ ଶ୍ରୀ ମଦ୍ ସ୍ଵାମୀ ନିଗମାନନ୍ଦ ସରସ୍ଵତୀ ଦେବ ନାମରେ ବିଖ୍ୟାତ ହେଲେ । ବିଶ୍ଵାସ ଯୋଗ୍ୟ ଯେ,ଏହି ମହାତ୍ମା ତନ୍ତ୍ର, ଯୋଗ, ଜ୍ଞାନ ଓ ପ୍ରେମ ଚତୁର୍ବିଧ ସାଧନାରେ ସିଦ୍ଧହୋଇ ନିର୍ବିକଳ୍ପ ଭୂମିରୁ ଗୁରୁ ରୂପେ ଅବତୀର୍ଣ୍ଣ ହୋଇଥିଲେ । ଠାକୁର ନିଗମାନନ୍ଦ ନିର୍ବିକଳ୍ପ ଭୂମିରୁ ଫେରି ଗୁରୁ ଭାବ ଘେନି ଲୋକାଳୟକୁ ଆସିବା ପରେ ସମାଜର ଦୁର୍ଗତି ସନ୍ଦର୍ଶନ ଓ ଉପଲବ୍ଧି କରି ଏହାକୁ ଦୃଢ଼ ଓ ପ୍ରାଣବନ୍ତ କରିବା ଉଦ୍ଦେଶ୍ୟରେ ସେ ବ୍ରହ୍ମଚର୍ଯ୍ୟ ସାଧନ, ଯୋଗୀ ଗୁରୁ , ତାନ୍ତ୍ରିକ ଗୁରୁ, ଜ୍ଞାନୀଗୁରୁ ଓ ପ୍ରେମିକଗୁରୁ ଗ୍ରନ୍ଥମାନ ବଙ୍ଗଳା ଭାଷାରେ ପ୍ରଣୟନ କରିଥିଲେ । ପରବର୍ତ୍ତି ସମୟରେ ଏହି ଗ୍ରନ୍ଥମାନର ଓଡ଼ିଆ ଭାଷାନ୍ତର ଦୁର୍ଗାଚରଣ ମହାନ୍ତିଙ୍କ ଦ୍ବାରା ସମ୍ଭବପର ହୋଇ ପାରିଥିଲା । ସ୍ଵାମୀ ନିଗମାନନ୍ଦ ପରମହଂସ ଶଙ୍କର ସମ୍ପ୍ରଦାୟ ସରସ୍ଵତୀ ଶାଖା ଭୁକ୍ତ ଥିଲେ । ସ୍ଵୟଂ ନିର୍ମାଣ କରିଥିବା ଆସାମ ସ୍ଥିତ କୋକିଳାମୁଖ (ଜୋରହାଟ)ରେ ସାରସ୍ଵତ ମଠ ଓ ଓଡ଼ିଶାର ପୁରୀରେ ନୀଳାଚଳ ସାରସ୍ଵତ ସଙ୍ଘ ତାଙ୍କର ବିଶିଷ୍ଟ ଅବଦାନ ।
ମାୟାଧର ମାନସିଂହ (୧୯୦୫-୧୯୭୩) ଖୋର୍ଦ୍ଧା ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ଵବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡରହାମ ବିଶ୍ଵବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଭୁବନେଶ୍ଵରଠାରେ ଜନ୍ମିତ ବିଭୁ କିଶୋର, ଜଣେ ପ୍ରଚ୍ଛଦପଟ୍ଟ ଗାୟକ ଓ ସଙ୍ଗୀତକାର । କୌଣସି ଧରାବନ୍ଧା ସଙ୍ଗୀତ ଶିକ୍ଷାଲାଭ କରିନଥିବା ବିଭୁ କିଶୋର, ଓଡ଼ିଆ ସିନେମା ଜଗତର ଜଣେ ଲୋକପ୍ରିୟ ଗାୟକ । ସେ କ୍ୟାପିଟାଲ ହାଇ ସ୍କୁଲ ତଥା ବିଜେବି କଲେଜରେ ପାଠ ପଢିଥିଲେ । ୧୯୮୯ ମସିହାରେ ବିଜେବି କଲେଜରେ ପାଠ ପଢିବା ସମୟରେ, ସେ କଲେଜର ଡ୍ରାମାଟିକ ସେକ୍ରେଟାରୀ ମଧ୍ୟ ରହିଥିଲେ । ୧୯୯୧ ମସିହାରେ ପ୍ରଥମ ଥର ପାଇଁ ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ମନ୍ମଥ ମିଶ୍ର ଏକ ଯାତ୍ରା ପାଇଁ ତାଙ୍କୁ ଗୀତ ଗାଇବାର ସୁଯୋଗ ଦେଇଥିଲେ। ପ୍ରଥମ ଆଲବମ୍ ଗୀତ ଶ୍ରୀକାନ୍ତ ଗୌତମଙ୍କ ’କଟକବାଣୀ’ରୁ ଆରମ୍ଭ ହୋଇଥିଲା। ୧୯୯୭ ମସିହାରେ ସୁନା ସଂସାର ଚଳଚିତ୍ରରୁ, ସେ ସିନେମାରେ କଣ୍ଠଦାନ କରିଆସୁଛନ୍ତି । ବିଭୁ କିଶୋର,ସରକାରୀ ଚାକିରି କରିଥିଲେ ମଧ୍ୟ, ସେଥିରୁ ସ୍ଵେଚ୍ଛାକୃତ ଅବସର ଗ୍ରହଣ କରି, ନିଜକୁ ସମ୍ପୂର୍ଣ ରୂପେ ସଙ୍ଗୀତ ପାଇଁ ସମର୍ପଣ କରିଛନ୍ତି ।
କୃଷ୍ଣ ହିନ୍ଦୁ ଦେବତା ଓ ଭଗବାନ ବିଷ୍ଣୁଙ୍କ ଅବତାର। କୃଷ୍ଣ ଅନ୍ୟ ହିନ୍ଦୁ ଦେବାଦେବୀଙ୍କ ଠାରୁ ଅଧିକ ଆଦରଣୀୟ ଏବଂ ଲୋକପ୍ରିୟ ଦେବତା ମଧ୍ୟରେ ଅନ୍ୟତମ। ଅବତାର ଅର୍ଥ ଅବତୀର୍ଣ୍ଣ ହେବା,ଭକ୍ତ ମାନଙ୍କୁ ଦିବ୍ୟାନନ୍ଦ ପ୍ରଦାନ ନିମିତ୍ତ ଓ ଭଗବତ ଧର୍ମ ଠିକ ସ୍ଥାନରେ ଲାଗି ଦେବକୀଙ୍କ ଗର୍ଭରୁ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ। ଶଙ୍ଖ,ଚକ୍ର,ଗଦା,ପଦ୍ମଧାରୀ ସ୍ଵରୂପରେ ମାତାପିତାଙ୍କୁ ଦର୍ଶନ ଦେଇଥିଲେ। ବାଳକ ରୂପରେ ଲୀଳା ଛଳରେ ଦୈତ୍ୟମାନଙ୍କୁ ସ୍ଵଧାମକୁ ପଠେଇ ପୃଥିବୀର ପାପ ଭାର ଲାଘବ କରିଥିଲେ। ବ୍ରହ୍ମା,ଶଙ୍କର ସନକାଦି ମୂନିଋଷିଙ୍କର ପୂଜ୍ୟ ହୋଇମଧ୍ୟ ସାଧାରଣ ବାଳକ ପରି ଲୀଳା କରୁଥିଲେ।
ଦୁର୍ଗା ପୂଜା ଆଶ୍ଵିନ ମାସରେ ହିନ୍ଦୁମାନେ ପାଳନ କରୁଥିବା ଏକ ଉତ୍ସବ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନହେଲେ ସେତେବେଳେ ବ୍ରହ୍ମା, ଶ୍ରୀବିଷ୍ଣୁ ଓ ଶିବଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜଦ୍ଵାରା ଦୁର୍ଗାଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳଦ୍ଵାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଗଦ୍ଵାରା ଶିରଚ୍ଛେଦ କଲେ । ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ । ତ୍ରେତୟା ଯୁଗରେ ରାବଣକୁ ପରାସ୍ତ କରିବା ନିମନ୍ତେ ରାମଚନ୍ଦ୍ର ଚୈତ୍ର ବଦଳରେ ଆଶ୍ଵିନରେ ଏହି ପୂଜା କରିଥିଲେ, ସେବେଠାରୁ ଏହା ଉଭୟ ଚୈତ୍ର ବାସନ୍ତୀ ନବରାତ୍ର ଓ ଆଶ୍ଵିନ ଶାରଦ ନବରାତ୍ର ଭାବେ ବିଦିତ ଓ ଉଭୟ ସମୟରେ ଦେବୀଙ୍କ ମହାପୂଜା ପ୍ରଚଳିତ । ନବମୀର ପରବର୍ତ୍ତୀ ଦିନ ବିଜୟଉତ୍ସବ ବା ବିଜୟାଦଶମୀ ପାଳିତ ହୁଏ,ଏହା ଦେବତାମାନଙ୍କଦ୍ଵାରା ମା ଦୁର୍ଗାଙ୍କ ଯୁଦ୍ଧ ପରବର୍ତ୍ତୀ ବିଜୟାଭିଷେକର ପରମ୍ପରାକୁ ସୂଚାଏ ।
ଶିବ ବା ମହାଦେବ ହିନ୍ଦୁମାନଙ୍କ ଶ୍ରେଷ୍ଠ ଦେବତାତ୍ରୟଙ୍କ ମଧ୍ୟରୁ ଅନ୍ୟତମ ଓ ପରମେଶ୍ୱରଙ୍କ ସଂହାରଶକ୍ତି । ମହାଦେବଙ୍କୁ ଶକ୍ତିନିହିତ ଲିଙ୍ଗମୂର୍ତ୍ତିରେ ପୂଜା କରାଯାଏ । ତିନି ଗୋଟି ଆଖି, ପାଞ୍ଚ ଗୋଟି ମୁଖ, ବୃଷଭ ଏହାଙ୍କର ବାହାନ। ଅତ୍ରିମୁନି ଏହାଙ୍କର ଗୁରୁ । ସବୁପ୍ରକାର ଅସ୍ତ୍ରଶସ୍ତ୍ର ଚାଳନାରେ ଏ ଦକ୍ଷ । ତ୍ରିଶୁଳ ଏହାଙ୍କର ପ୍ରଧାନ ଆୟୁଧ। ଏହାଙ୍କ ଧନୁର ନାମ ପିନାକ । ଡମରୁ ଏହାଙ୍କ ବାଦ୍ୟ ।ଏହାଙ୍କର ତାଣ୍ଡବ ନୃତ୍ୟ ଅତି ଭୟଙ୍କର । ଏହାଙ୍କ ବାସ କୈଳାଶଶିଖର । ଏହାଙ୍କ ପରିଧାନ ବ୍ୟାଘ୍ରଚର୍ମ।ସର୍ପ ଏହାଙ୍କର କଟିବନ୍ଧ ଓ ଉତ୍ତରୀୟ । ଦେହ ଭସ୍ମ ବୋଳା, ମୁଣ୍ଡରେ ଜଟା ଓ ଜଟାରେ ଗଙ୍ଗା ପ୍ରବହମାନା । ନନ୍ଦୀ ଏହାଙ୍କ ପ୍ରଧାନ ପାର୍ଶ୍ୱଚର । ପ୍ରମଥଗଣ ବା ଭୁତପ୍ରେତ ଏହାଙ୍କର ସହଚର ।ପାର୍ବତୀ ହେଉଛନ୍ତି ଶିବଙ୍କ ଶକ୍ତି଼।ଶିବ ପରାଶକ୍ତିଦ୍ଵାରା ପ୍ରକାଶିତ ହୁଅନ୍ତି । ଅର୍ଥାତ ଶିବଙ୍କ ଜ୍ୟୋତି ହେଉଛି ପରାଶକ୍ତି
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ବଳିଆ କୁକୁର (ଭାରତରେ “ଢୋଲ୍” ଭାବେ ପରିଚିତ, ଜୀବ ବିଜ୍ଞାନ ନାମ Cuon Alpinus, ସମ୍ଵଲପୁରୀ ଭାଷାରେ କୋକବଲିଆ) ମଧ୍ୟ ଏସିଆ, ଦକ୍ଷିଣ ଏସିଆ ଓ ଦକ୍ଷିଣ-ପୂର୍ବ ଏସିଆରେ ଦେଖାଯାଉଥିବା ଏକ ଶ୍ଵାନ ଜାତୀୟ ପ୍ରାଣୀ । ବଳିଆ କୁକୁରକୁ ଭାରତର ଅନ୍ୟ ସ୍ଥାନ ମାନଙ୍କରେ ଲୋକେ ଢୋଲ୍, ଏସୀୟ ଜଙ୍ଗଲି କୁକୁର, ଭାରତୀୟ ଜଙ୍ଗଲି କୁକୁର, ହ୍ଵିସିଲ୍ ଶବ୍ଦକାରୀ କୁକୁର, ଲାଲ୍ କୁକୁର ଓ ପର୍ବତୀୟ ଗଧିଆ ମଧ୍ୟ କୁହନ୍ତି । ଜିନ୍ ଦୃଷ୍ଟିରୁ ଏହା ଶ୍ଵାନ ପ୍ରଜାତୀୟ ପ୍ରାଣୀଙ୍କ ନିକଟତମ, କିନ୍ତୁ ଏହାର ଖପୁରି ସମଜାତୀୟ ପ୍ରାଣୀଙ୍କ ଭଳି ଅବତଳ ନହୋଇ ସାମାନ୍ୟ ଉତ୍ତଳ ହୋଇଥାଏ । ଏହି ଦୁଇ ପ୍ରଜାତିଙ୍କ ଥୋଡ଼ି ବା ମୁହଁର ଗଠନରେ ମଧ୍ୟ ତଫାତ ଥାଏ । ପ୍ଲାଇଷ୍ଟୋସିନ୍ ସମୟରେ ବଳିଆ କୁକୁର ଏସିଆ, ଇଉରୋପ ଏବଂ ଉତ୍ତର ଆମେରିକାରେ ବହୁ ପରିମାଣରେ ଚଳପ୍ରଚଳ କରୁଥିଲେ କିନ୍ତୁ ପ୍ରାୟ ୧୨,୦୦୦ରୁ ୧୮,୦୦୦ ବର୍ଷ ପୂର୍ବେ ସେମାନଙ୍କ ଭୌଗୋଳିକ ଅବସ୍ଥିତି କ୍ରମେ ସୀମିତ ହେବାକୁ ଲାଗିଲା ।
ଷ୍ଟିଭେନ ପୌଲ "ଷ୍ଟିଭ" ଜବ୍ସ (୨୪/୨/୧୯୫୫-୫/୮/୨୦୧୧)ଜଣେ ଅମେରିକୀୟ କମ୍ପୁଟର ବିଜ୍ଞାନୀ ।ସେ ଆପଲ କମ୍ପାନୀର ସହ ସ୍ଥାପକ ଓ ମୁଖ୍ୟ ଅଦ୍ଧକ୍ଷ ମଧ୍ୟ ଥିଲେ;pixar animation studios ର ମୁଖ୍ୟ ଅଦ୍ଧକ୍ଷ ; the Walt Disney companyର ନିୟଂତ୍ରକ ମଣ୍ଡଳିର ସଦସ୍ୟ ମଧ୍ୟ ଥିଲେ।ସେ NeXT.incର ଉଦ୍ଭାବକ ଓ ମୁଖ୍ୟ ଅଧକ୍ଷ ମଧ୍ୟ ଥିଲେ। ସେ ୧୯୭୦ micro computer revolutionର ଆଦିମ ଆବିଷକର୍ତା ଭାବେ ଜଣଶୁଣା। ତାଙ୍କ ଦେହାନ୍ତ ପରେ ତାଙ୍କ ଜୀବନୀ ଲେଖକ ତାଙ୍କୁ ବର୍ଣ୍ଣନା କରି ଲେଖିଛନ୍ତି ଯେ "ତାଙ୍କ ପରିବର୍ତନ ପାଇଁ ଆବେଗ ଏବଂ ଉତ୍ସାହ" ତାଙ୍କୁ 6ଟି ବଡ କମ୍ପାନୀରେ ପରିବର୍ତନ ଆଣିବା ପାଇଁ ସହାୟକ ହୋଇଥିଲା। ସେ ଜନ୍ମରୁ San Franciscoର San Francisco bay areaରେ ନିଜ ବାଲ୍ୟ ଜୀବନ ବିତାଇ ଥିଲେ। ସେ ତାଙ୍କ Homestead highschoolର ଉଚ୍ଚ ଶ୍ରେଣୀ ଛାତ୍ର ଥିଲେ।ସେ Reed collegeରୁ ମହାବିଦ୍ୟାଳୟ ଶିକ୍ଷା ଶେଷ କରି ୧୯୭୨ରେ ମହାବିଦ୍ୟାଳୟରୁ ବିଦାୟ ନେଇଥିଲେ।ଜବ୍ସ ୧୯୭୪ରେ ଭାରତ ପରିଭ୍ରମଣ କରି ବୋୖଦ୍ଧଧର୍ମ ବିଷୟରେ ଅଧିକା ଜାଣିବା ପାଇଁ ଆସିଥିଲେ।
ଭାରତୀୟ ମହାକାଶ ଗବେଷଣା ସଂସ୍ଥା ବା ଇସରୋ ହେଉଛି ଭାରତ ସରକାରଙ୍କ ପ୍ରମୁଖ ମହାକାଶ ପ୍ରାଧିକରଣ । ଇସରୋ ପୃଥିବୀର ଛଅଟି ବଡ ସରକାରୀ ମହାକାଶ ପ୍ରାଧିକରଣ ମଧ୍ୟରୁ ଅନ୍ୟତମ ଯଥା: ଆମେରିକାର ନାସା (NASA), ଋଷିଆର RKA, ଇଉରୋପର ESA, ଚୀନର CNSA ଓ ଜାପାନର JAXA । ଏହି ସଂଗଠନର ମୂଳ ଉଦ୍ଦେଶ୍ୟ ହେଲା ଅତ୍ୟାଧୁନିକ ମହାକାଶୀୟ ପ୍ରଯୁକ୍ତି ବିଦ୍ୟାର ଉନ୍ନତିକରଣ ଓ ଦେଶର ସ୍ଵାର୍ଥରେ ଏହାର ପ୍ରୟୋଗ ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ଵରୂପରାଣୀ ଥିଲା । ସେ ସ୍ଵାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ପିପଲ ଫର ଦି ଏଥିକାଲ ଟ୍ରିଟମେଣ୍ଟ ଅଫ ଆନିମାଲ୍ସ
ପିପଲ ଫର ଦି ଏଥିକାଲ ଟ୍ରିଟମେଣ୍ଟ ଅଫ ଆନିମାଲ୍ସ (PETA) ଏକ ଆମେରିକୀୟ ପଶୁ ନ୍ୟାୟ ସଙ୍ଗଠନ ଯାହା ନରଫଲ୍କ, ଭର୍ଜିନିଆଠାରେ ଅବସ୍ଥିତ ଓ ଇଙ୍ଗ୍ରିଡ଼ ନିଉକିର୍କଙ୍କ ଦେଇ ପରିଚାଳିତ ଯେ ଏହାର ବିଶ୍ଵସମ୍ପାଦକ ଅଛନ୍ତି । ଏହା ଏକ ଅଣ-ଲାଭକାରୀ ସଙ୍ଗଠନ ଯେଉଁଥିରେ ୩୦୦ରୁ ଅଧିକ କର୍ମଚାରୀ କାମ କରିଥାନ୍ତି ; ତାହାଛଡ଼ା ଏଥିରେ ୨ ମିଲିଅନ ସଭ୍ୟ ଓ ସହଯୋଗୀ ଅଛନ୍ତି, ଏହା ଜଗତର ସବୁଠାରୁ ବଡ଼ ପ୍ରାଣୀ ନ୍ୟାୟ ସଂଗଠନ ବୋଲି ଦାବି କରିଥାଏ । ଏହାର ସ୍ଳୋଗାନ "ପଶୁମାନେ ଆମର ଖାଦ୍ୟ, ପୋଷାକ,ପରଖ ବା ମନୋରଞ୍ଜନ ନିମନ୍ତେ ନୁହଁନ୍ତି ।" ("animals are not ours to eat, wear, experiment on, or use for entertainment.)"
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।
ଓଡ଼ିଶାର ପ୍ରାଚୀନତା ସମ୍ପର୍କରେ ଅନୁସନ୍ଧାନ ସମୟରେ ପୁଣ୍ୟଧାମ ନୀଳାଚଳଠାରୁ ଯଦି କୌଣସି ପୁରାତନ ପବିତ୍ର ଧାର୍ମିକ ମହତ୍ତ୍ଵ ଐତିହାସିକ ତଥା ପୌରାଣିକ ପ୍ରମାଣ ଉପଲବ୍ଧ ହୁଏ ତାହା ହେଉଛି ପୁଣ୍ୟତୋୟା ବୈତରଣୀ । ବୈତରଣୀ ନଦୀ ଗୋନାସିକା ପାହାଡରୁ ବାହାରି ବଙ୍ଗୋପସାଗରରେ ପଡ଼ିଛି । ଏହାକୁ "ଓଡ଼ିଶାର ଗଙ୍ଗା" ବୋଲି ସମ୍ବୋଧନ କରାଯାଏ କାରଣ ଏହାର ଉପକୂଳରେ ଦୁଇ ପବିତ୍ର ପୁଣ୍ୟ ସ୍ଥାନ ଅବସ୍ଥିତ ତାହା ହେଲା କେନ୍ଦୁଝର ଜିଲ୍ଲାର ମା ତାରିଣୀ ପୀଠ ଏବଂ ଭଦ୍ରକ ଜିଲ୍ଲାର ଆରଡି ଧାମ।
କଟି ଯନ୍ତ୍ରଣା ବା ନିମ୍ନ ପିଠି ଯନ୍ତ୍ରଣା (ଏଲବିପି) ଏକ ସାଧାରଣ ମାଂସପେଶୀକଙ୍କାଳ ବେମାରୀ ଯାହା ପିଠିର ମାଂସପେଶୀ, ସ୍ନାୟୁ ଓ ଅସ୍ଥିରେ ହୁଏ । ଏଥିରେ ସାଧାରଣ ଧରଣର ଯନ୍ତ୍ରଣା ହୁଏ କିନ୍ତୁ ସର୍ବଦା ଚାଲୁରହେ ବା ହଠାତ୍ ତୀବ୍ର ଅନୁଭବ ହୁଏ । ଯନ୍ତ୍ରଣା ସମୟ ଅନୁସାରେ ଏହି ରୋଗକୁ ୩ ଶ୍ରେଣୀରେ ବିଭକ୍ତ କରାଯାଏ ଯଥା:- ଆକ୍ୟୁଟ ବା ତୀବ୍ର (୬ ସପ୍ତାହରୁ କମ୍), ସବ-କ୍ରନିକ (୬ରୁ ୧୨ ସପ୍ତାହ) ଓ କ୍ରନିକ ବା ଦୀର୍ଘକାଳୀନ (୧୨ ସପ୍ତାହରୁ ଅଧିକ) । ଅନ୍ତର୍ନିହିତ କାରଣ ଅନୁସାରେ ଏହାକୁ ମେକାନିକାଲ, ନନ୍ମେକାନିକାଲ ଓ ରେଫର୍ଡ୍ ଯନ୍ତ୍ରଣା କୁହାଯାଏ । ନିମ୍ନ ପିଠି ଯନ୍ତ୍ରଣା ପ୍ରାୟ କିଛି ସପ୍ତାହ ମଧ୍ୟରେ କମିଯାଏ; ୪୦ରୁ ୯୦% ଲୋକ ୬ ସପ୍ତାହ ମଧ୍ୟରେ ସମ୍ପୁର୍ଣ୍ଣ ଭଲ ହୋଇଯାଆନ୍ତି ।
ଅକ୍ଷୟ ମହାନ୍ତି (୧୨ ଅକ୍ଟୋବର ୧୯୩୭ – ୧୭ ନଭେମ୍ବର ୨୦୦୨) (ଅନ୍ୟନାମ: ଖୋକା ଭାଇ) କଟକଠାରେ ଜନ୍ମିତ ଜଣେ ଓଡ଼ିଆ ଗାୟକ, ସଙ୍ଗୀତଜ୍ଞ, ସଂଗୀତଜ୍ଞ, ଗାଳ୍ପିକ, ଔପନ୍ୟାସିକ ଓ ଭ୍ରମଣ କାହାଣୀ ଲେଖକ । ସେ ଓଡ଼ିଆ କଥାଚିତ୍ର, ପଲ୍ଲୀଗୀତ, ଭଜନମାନଙ୍କରେ କଣ୍ଠଦାନ କରିଛନ୍ତି, ତାଙ୍କୁ ଓଡ଼ିଆ ଆଧୁନିକ ଓ ସୁଗମ ସଙ୍ଗୀତର ଜନ୍ମଦାତା ବୋଲି କୁହାଯାଇଥାଏ । ଓଡ଼ିଶାର ଅନେକ ଲୋକକଥା ଓ ଗୀତକୁ ନେଇ ସେ ସଙ୍ଗୀତ ସଂଯୋଜନା କରିଛନ୍ତି ।
ଦଶହରା ଓଡ଼ିଶାରେ ପାଳିତ ଏକ ଗଣପର୍ବ । ଓଡ଼ିଶା ଭିନ୍ନ ବିଭିନ୍ନ ଭାରତୀୟ ରାଜ୍ୟରେ ଏହା ଦଶେରା, ନବରାତ୍ରି, ଦୁର୍ଗା ପୂଜା ନାମରେ ସମାନ ସମୟରେ ପାଳିତ । ଏହା ଆୟୁଧ ପୂଜା ବା ଅସ୍ତ୍ରପୂଜା ନାମରେ ଓଡ଼ିଶାରେ ଆଗରୁ ପାଳିତ ହେଉଥିଲା ଯାହା ପରେ ବଙ୍ଗରୁ ଆରମ୍ଭ ମାଟି ମୂର୍ତ୍ତି ନିର୍ମାଣ କରି ଦୁର୍ଗା ପୂଜା ଅଥବା ଉତ୍ତର ଭାରତରେ ପାଳିତ "ନବରାତ୍ରି" ସହିତ ପାଳିତ ହୋଇଆସୁଛି । ଦଶହରା ଅବସରରେ ଖଣ୍ଡା, ଢାଲ, ଲଙ୍ଗଳ ଲୁହା, କରଣୀ ଆଦି ବିଭିନ୍ନ ପାରମ୍ପାରିକ ଯନ୍ତ୍ର ଓ ଉପକରଣ ଆଦି ଏହି ଦିନ ପୂଜା କରାଯାଇଥାଏ । ଓଡ଼ିଶା ଏକ କୃଷିପ୍ରଧାନ ରାଜ୍ୟ ହୋଇଥିବାରୁ କୃଷିଭିତ୍ତିକ ଉପକରଣ ହଳ-ଲଙ୍ଗଳ, ଐତିହାସିକ ଯୁଦ୍ଧରେ ଅରି ପରାହତ ନିମନ୍ତେ ବ୍ୟବହାର ହୋଇଥିବାରୁ ଖଣ୍ଡା, ଢାଲ ଆଦି ଉପକରଣ ତଥା ନଥିକରଣରେ ମୁଖ୍ୟ ଭୂମିକା ନିଭାଇଥିବାରୁ କରଣୀ ଆଦି ଉପକରଣକୁ ଏହି ଦିନ ପୂଜା କରାଯାଇଥାଏ । ଏହା ଓଡ଼ିଶାର ବିଭିନ୍ନ ଜାତିର ଲୋକଙ୍କ କୌଳିକ ପେଷାର ଉପକରଣମାନଙ୍କ ପ୍ରତି ଅଙ୍ଗୀକାରବଦ୍ଧତାକୁ ଦର୍ଶାଇବା ନିମନ୍ତେ ପାଳିତ ହୋଇଥାଏ ।
ତାରିଣୀ ମନ୍ଦିର ଓଡ଼ିଶାର କେନ୍ଦୁଝର ଜିଲ୍ଲାର ଘଟଗାଁରେ ଥିବା ଏକ ଠାକୁରାଣୀ ମନ୍ଦିର । ଏଠାକାର ଅଧିଷ୍ଠାତ୍ରୀ ଦେବୀ ତାରିଣୀ । ପ୍ରବାଦରେ ଅଛି ଘଟଗାଁଠାରେ ଥିବା ମା ତାରିଣୀ ମନ୍ଦିରକୁ ୧୪୮୦ ମସିହାରେ କେନ୍ଦୁଝରର ତତ୍କାଳୀନ ରାଜା ଗୋବିନ୍ଦ ଭଞ୍ଜଦେଓ ନିର୍ମାଣ କରେଇଥିଲେ । ପୁରୀର ତତ୍କାଳୀନ ଗଜପତି ମହାରାଜାଙ୍କ ଆଦେଶକ୍ରମେ ମା ତାରିଣୀ ନୂଆ ମନ୍ଦିର ଘଟଗାଁଠାରେ ଶକ୍ତିପୀଠ ଭାବରେ ସ୍ଥାପିତ ହେଇପାରିଥିଲା । ମା ତାରିଣୀଙ୍କଠାରେ ମନାସିକ କାଲେ ତାହା ନିଶ୍ଚୟ ପୂରଣ ହୁଏ ବୋଲି ଭକ୍ତଙ୍କ ବିଶ୍ବାସ ଥାଏ ।
ନରେନ୍ଦ୍ର ଦାମୋଦରଦାସ ମୋଦୀ (ଜନ୍ମ: ୧୭ ସେପ୍ଟେମ୍ବର ୧୯୫୦) ଭାରତର ୧୫ମ ପ୍ରଧାନମନ୍ତ୍ରୀ । ସେ ଭାରତୀୟ ଜନତା ପାର୍ଟିର ଜଣେ ପ୍ରମୁଖ ସଦସ୍ୟ। ସେ ୨୦୧୪ ଲୋକ ସଭା ନିର୍ବାଚନରେ ଭାରତର ପ୍ରମୁଖ ବିପକ୍ଷ ଦଳ ଭାରତୀୟ ଜନତା ପାର୍ଟି ତରଫରୁ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ଗଠବନ୍ଧନର ପ୍ରଧାନମନ୍ତ୍ରୀ ପ୍ରାର୍ଥୀଭାବେ ନିର୍ବାଚନ ଲଢିଥିଲେ ଏବଂ ଉତ୍ତର ପ୍ରଦେଶ ଓ ଗୁଜରାଟରୁ ଯଥାକ୍ରମେ ବାରଣାସୀ ଓ ଭଦୋଦରାରୁ ବିଜୟୀ ହୋଇଥିଲେ । ୧୯୯୮ ମସିହାରେ ଭାରତୀୟ ଜନତା ପାର୍ଟିର ନେତା ଲାଲ କୃଷ୍ଣ ଆଡ଼ଭାନୀଙ୍କଦ୍ଵାରା ଗୁଜରାଟ ଏବଂ ହିମାଚଳ ପ୍ରଦେଶର ନିର୍ବାଚନ ପ୍ରଚାର ପାଇଁ ପସନ୍ଦ କରାଯାଇଥିଲା । ୨୦୦୧ ମସିହାରେ ଗୁଜରାଟର ପୂର୍ବତନ ମୂଖ୍ୟମନ୍ତ୍ରୀ କେଶୁଭାଇ ପଟେଲ ଇସତଫା ଦେବାପରେ ସେ ମୂଖ୍ୟମନ୍ତ୍ରୀ ଭାବେ ୨୦୦୧ ଅକ୍ଟୋବର ୭ ତାରିଖରେ ଶପଥ ଗ୍ରହଣ କରିଥିଲେ । ପୁନର୍ବାର ୨୦୦୭ ଗୁଜରାଟ ବିଧାନ ସଭା ନିର୍ବାଚନରେ ବିପୁଳ ସମର୍ଥନରେ ବିଜୟୀ ହୋଇ ସେ ତୃତୀୟ ଥର ପାଇଁ ମୂଖ୍ୟମନ୍ତ୍ରୀ ହୋଇଥିଲେ । ସେ ଉଭୟ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଜଣେ ବିବାଦୀୟ ବ୍ୟକ୍ତି।
ଚିଲିକା ଓଡ଼ିଶାର ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ବ୍ୟାପିଥିବା ଏକ ଲବଣାକ୍ତ ହ୍ରଦ । ଏହା ଓଡ଼ିଶାର ସବୁଠୁ ବଡ଼ ହ୍ରଦ । ଅଂଶୁପା ଓ ସର ମଧୁରଜଳ ହ୍ରଦ ହୋଇଥିବା ବେଳେ ଚିଲିକା ହେଉଛି ଲବଣାକ୍ତ ଜଳ ( Brackish Water) ହ୍ରଦ। ଏଠାରେ ଥିବା ନଳବଣ ବିଦେଶୀ ପକ୍ଷୀମାନଙ୍କ ଶୀତକାଳୀନ ବାସସ୍ଥାନ । ଚିଲିକାରେ ଶୀତଦିନ ବିତାଇବା ପାଇଁ ଏମାନେ ହଜାର ହଜାର ମାଇଲ ଉଡ଼ି ସୁଦୂର ଉତ୍ତର ଗୋଲାର୍ଦ୍ଧ ଓ ସାଇବେରିଆ ଅଞ୍ଚଳରୁ ଆସନ୍ତି । ଏଠାରେ ଥିବା ପରିକୁଦ ଓ ମାଲୁଦ ଦ୍ଵୀପରେ ଥିବା ମନ୍ଦିର ପର୍ଯ୍ୟଟକମାନଙ୍କ ପାଇଁ ଅନ୍ୟତମ ଆକର୍ଷଣ । ପ୍ରକୃତିର ବିବିଧତା ଏଠାରେ ଫୁଟିକରି ଦେଖାଯାଏ । ବିଭିନ୍ନ ପ୍ରକାରର ପକ୍ଷୀ, ସାମୁଦ୍ରିକ ପ୍ରାଣୀ, ଉଦ୍ଭିଦମାନଙ୍କର ଏହା ଗନ୍ତାଘର ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି । ଗଣିତଜ୍ଞମାନେ ତର୍କ ସାହାଯ୍ୟରେ ସମସ୍ୟା ସମାଧାନ କରିଥାନ୍ତି । ଗଣିତଜ୍ଞମାନେ ଅନେକ ସମୟରେ ଅପସାରଣ ପଦ୍ଧତି ଅବଲମ୍ବନ କରନ୍ତି । ଉପଲବ୍ଧ ସତ୍ୟର ବ୍ୟବହାର କରି ନୂତନ ସତ୍ୟ ଆବିଷ୍କାର କରିବାର ବିଶେଷ ଉପାୟ ହେଉଛି ଅପସାରଣ । ଜଣେ ଗଣିତଜ୍ଞ ପାଇଁ, ଗୋଟିଏ ସତ୍ୟ ଓ ତାହାର କାରଣର ସତ୍ୟତା ଉଭୟ ଜରୁରୀ । ଅପସାରଣ ପଦ୍ଧତି ଅନ୍ୟ ଚିନ୍ତା ଓ ଗାଣିତିକ ଚିନ୍ତା ମଧ୍ୟରେ ପାର୍ଥକ୍ୟ ସୃଷ୍ଟି କରେ । ଗଣିତଜ୍ଞମାନେ ବିଭିନ୍ନ ବିଷୟରେ ସମାନତା ଅନୁଧ୍ୟାନ କରି ନୂତନ ସୂତ୍ର ସ୍ଥାପନ କରନ୍ତି । ଗାଣିତିକ ପ୍ରମାଣଦ୍ୱାରା ସେଗୁଡ଼ିକର ସତ୍ୟାସତ୍ୟ ନିର୍ଣୟ କରାଯାଏ । ଗାଣିତିକ ସମସ୍ୟାର ସମାଧାନ ପାଇଁ ବର୍ଷବର୍ଷ ଏପରିକି ଶତାବ୍ଦୀ ମଧ୍ୟ ବିତିଯାଏ । ଉନବିଂଶ ଶତାବ୍ଦୀରେ ଗିସେପ୍ପେ ପିନୋ (୧୮୫୮-୧୯୩୨), ଡେଭିଡ୍ ହିଲ୍ବର୍ଟ୍ (୧୮୬୨-୧୯୪୩) ଆଦିଙ୍କ ଉଲ୍ଲେଖନୀୟ କାର୍ଯ୍ୟ ପରେ, ପୂର୍ବପ୍ରମାଣିତ ସୂତ୍ରଦ୍ୱାରା ନୂତନ ସୂତ୍ରପାତ କରିବା ପ୍ରଥା ପ୍ରଚଳିତ ହୋଇଛି । ବାସ୍ତବ ପରିସ୍ଥିତିର ସଠିକ ଗାଣିତିକ ସୂତ୍ର ନିରୂପଣ ହେଲା ପରେ, ଗାଣିତିକ ତର୍କଦ୍ୱାରା ତାହାର ପୂର୍ବାନୁମାନ କରାଯାଇପାରେ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ବ୍ରହ୍ମେଶ୍ୱର ମନ୍ଦିର, ଭାରତୀୟ ରାଜ୍ୟ ଓଡ଼ିଶାର ରାଜଧାନୀ ସହର ଭୁବନେଶ୍ୱରଠାରେ ରହିଥିବା ଏକ ୯ ମ ଶତାବ୍ଦୀ ଶେଷାର୍ଦ୍ଧରେ ନିର୍ମିତ ଶିବ ମନ୍ଦିର । ଏହି ମନ୍ଦିର ଅଭ୍ୟନ୍ତରରେ ସୁନ୍ଦର ପ୍ରସ୍ତର ଖୋଦିତ ବିରଳ କଳା ଦେଖିବାକୁ ମିଳେ । ମନ୍ଦିରରେ ଖୋଦିତ ହେଇଥିବା ଶିଳାଲେଖଦ୍ଵାରା ଏହି ମନ୍ଦିରର ନିର୍ମାଣ କାଳ ବିଷୟରେ ସଠିକ ସୂଚନା ମିଳୁଥିଲା । ତେବେ ବର୍ତ୍ତମାନ ତାହା ଅବଲୁପ୍ତ ଅବସ୍ଥାରେ ରହିଛି । ତେବେ ୧୦୫୮ ମସିହାର ଲେଖାକୁ ସଂରକ୍ଷିତ ଭାବରେ ରଖା ଯାଇଛି । ସେହି ଲେଖାନୁସାରେ ସୋମବଂଶୀ ରାଜା ଉଦ୍ୟୋତକେଶରୀଙ୍କ ଶାସନର ୧୮ ତମ ବର୍ଷରେ ତାଙ୍କ ମାତା କୋଳାବତୀ ଦେବୀଙ୍କଦ୍ଵାରା ଏହା ନିର୍ମିତ ହେଇଥିବାର ଜଣା ଯାଇଥାଏ , ଯାହା ୧୦୫୮ ମସିହା ଥିଲା ।
ଗୋଟିଏ ସ୍ଵାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ଵାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ଵ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ଵଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ଶ୍ରୀନିବାସ ରାମାନୁଜନ FRS ( pronunciation ) (୨୨ ଡିସେମ୍ବର ୧୯୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ ’ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ଵବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ଵବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?