ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଯୋଗୀ, ମୁକ୍ତିଲାଭ କରିବାକୁ ଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଶ୍ରୀଧର ମାର୍ଥା । ଛବିତା ମାର୍ଥା ଏହି କଥାଚିତ୍ରଟିର କାହାଣୀ ଲେଖିଥିଲେ । ଡଃ ରଜନୀ ରଞ୍ଜନ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ନିରଞ୍ଜନ ବେହେରା ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତ ନିର୍ଦ୍ଦେଶକ ଦୀପକ କୁମାର ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ପଞ୍ଚରତ୍ନ ଶିବ ମନ୍ଦିର, ବଙ୍ଗଳାଦେଶରେ ଥିବା ଏକ ହିନ୍ଦୁ ମନ୍ଦିର । ଏହି ମନ୍ଦରଟି ଭୁବନେଶ୍ୱର ଶିବ ମନ୍ଦିର ଭାବରେ ମଧ୍ୟ ପ୍ରସିଦ୍ଧ । ଏହି ମନ୍ଦିରଟି ରାଜସାହି ଜିଲ୍ଲାର ପୁଥିଆ ଠାରେ ଅବସ୍ଥିତ । ଏହି ମନ୍ଦିରଟି ପୁଥିଆରେ ଥିବା ମନ୍ଦିର ପରିସର ଭିତରେ ଅବସ୍ଥିତ । ଏହି ଐତିହାସିକ ତୀର୍ଥ ସ୍ଥାନଟି ପାଖରେ ଶିବ ନାମକ ଏକ ହ୍ରଦ ରହିଛି । ଏହି ମନ୍ଦିରର ଉପର ଭାଗ ଗମ୍ବୁଜ ଗୁଡ଼ିକ ଦ୍ୱାରା ସୁସଜ୍ଜିତ ହୋଇଛି । ମନ୍ଦିରଟିର ଉପରି ଭାଗରେ ସମୁଦାୟ ୫ଟି ଗମ୍ବୁଜ ରହିଛି । ଏହି ମନ୍ଦିରଟି ପୁଥିଆ ରାଜ ଉଆସର ପ୍ରବେଶ ଦ୍ୱାର ନିକଟରେ ରହିଛି ।
ମହମଦ ଅମିନ ସାଇନା ଜଣେ ବଙ୍ଗଳାଦେଶୀ ଦୂରଦର୍ଶନ ଓ କଥାଚିତ୍ର ଅଭିନେତ୍ରୀ ଏବଂ ମଡେଲ । ୨୦୦୫ରେ ସେ ଜଣେ ମଡେଲ ଭାବରେ କିଛି ବିଜ୍ଞାପନରେ କାର୍ଯ୍ୟ କରିବା ଆରମ୍ଭ କରିଥିଲେ । ସେ ମୁଖ୍ୟତଃ ସାଇନା ଅମିନ ନାମରେ ପରିଚିତା । ୨୦୦୬ରେ ସେ ଅଭିନୟ ଜଗତରେ ପ୍ରବେଶ କରିଥିଲେ । ସେ କ୍ରସ କନେକ୍ସନ ଧାରାବାହିକ ଜରିଆରେ ଦୂରଦର୍ଶନ ଅଭିନୟ ଜଗତରେ ପ୍ରବେଶ କରିଥିଲେ । ଏହାପରେ ସେ କିଛି ଦୂରଦର୍ଶନ ଧାରାବାହିକରେ ଅଭିନୟ କରିଆସୁଛନ୍ତି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଇଲୋକ୍ଟ୍ରୋନିକ ମେଲ ବା ଡାକ, ସାଧାରଣତଃ ଇମେଲ ବୋଲି ୧୯୯୩ ମସିହାରୁ ଜଣାଯାଏ । ଏହା ଦ୍ୟାରା ଇଣ୍ଟରନେଟ ମାଧ୍ୟମରେ ଗୋଟିଏ ବ୍ୟବହାରକାରୀ ଅନ୍ୟ ଏକ ବ୍ୟାବ ହାରକାରୀକୁ ବାର୍ତ୍ତା ରେକର୍ଡ କରାଯାଇଥିବା ବାର୍ତ୍ତା, ଛବି , ଭିଡିଓ ଆଦି ପଠାଇ ପାରିବ । ପୂର୍ବରୁ ତତ୍-କ୍ଷାଣତ ବାର୍ତ୍ତାବାହ ଭଳି ବାର୍ତ୍ତା ପଠାଳୀ ଓ ବାର୍ତ୍ତା ଗ୍ରହଣକାରୀ ଦୁଇ ଜଣକୁ ଏକା ସମୟରେ ଅନଲାଇନ ରହିବାକୁ ପଡୁଥିଲା । କିନ୍ତୁ ବର୍ତ୍ତମାନ store-and-forward (ସଞ୍ଚୟ କରି ଆଗକୁ ବଢିବା) ପ୍ରକ୍ରିୟାକୁ ଆଧାରିତ କରି ପ୍ରସ୍ତୁତ କରାଯାଇଥିବାରୁ ଏକ ସମୟରେ ଦୁଇ ଜଣଙ୍କୁ ଅନଲାଇନ ରହିବା ଆବଶ୍ୟକ ପଡୁନାହିଁ । ଇମେଲ ସର୍ଭର ବାର୍ତ୍ତା ଗ୍ରହଣ କରିବା ପରେ ସଞ୍ଚିତ କରି ରଖିଥାଏ ଯଦ୍ୱାରା ବ୍ୟବହାରକାରୀ ଯେତେବେଳେ ମଧ୍ୟ ଅନଲାଇନ ଆସିଲେ ବାର୍ତ୍ତା ପାଇପାରେ ।
କାର୍ତ୍ତିକ ପୂର୍ଣ୍ଣମା, ରାସ ବା ରାସ ପୂର୍ଣ୍ଣିମା ନାମରେ ମଧ୍ୟ ପରିଚିତ । ଓଡ଼ିଶାର ଆଚାର ବିଚାର, ଚାଲିଚଳଣି ତଥା ଧର୍ମୀୟ ଭାବନା ସହିତ ଏହି ପର୍ବ ଓତପ୍ରୋତ ଭାବେ ଜଡ଼ିତ । ଗୌରବମୟ ଉତ୍କଳର ପ୍ରାଚୀନ ଇତିହାସ ସହିତ ଏହା ଏତେ ନିବିଡ଼ ଭାବରେ ସଂପୃକ୍ତ ଯେ ଏହି ଦିବସର ଗୁରୁତ୍ଵକୁ ବାଦ ଦେଲେ ଖ୍ରୀଷ୍ଟପୂର୍ବୀୟ କାଳରେ ଓଡ଼ିଶାରେ ନୌବାଣିଜ୍ୟ ସମ୍ପର୍କରେ ଚିନ୍ତା ବି କରାଯାଇ ପାରେ ନାହିଁ । ଅତଏବ ଧର୍ମଗତ ତଥା ଐତିହାସିକ ଉଭୟ ଦୃଷ୍ଟିକୋଣରୁ ଏହାର ମୂଲ୍ୟବୋଧ ଅତୀବ ବୈଶିଷ୍ଟ୍ୟ ପରିପୂର୍ଣ୍ଣ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ହୀରାକୁଦ ମହାନଦୀ ତଟରେ ଅବସ୍ଥିତଥିବା ଓଡ଼ିଶାର ସବୁଠୁ ବଡ଼ ନଦୀବନ୍ଧ ଓ ଜଳ ପରିଯୋଜନା । ଏଠାରୁ ଜଳ ବିଦ୍ୟୁତ ଶକ୍ତି ଉତ୍ପାଦନ କରାଯାଇ ସାରା ଓଡ଼ିଶାକୁ ବିତରଣ କରାଯାଏ । ଏହା କୃଷି ଜଳସେଚନରେ ମଧ୍ୟ ସାହାଯ୍ୟ କରେ । ବନ୍ୟା ନିୟନ୍ତ୍ରଣ, ଜଳସେଚନ ଓ ବିଦ୍ୟୁତ ଉତ୍ପାଦନକୁ ଦୃଷ୍ଟିରେ ରଖି ହୀରାକୁଦ ବହୁମୁଖୀ ନଦୀବନ୍ଧ ଯୋଜନା ଭାରତ ସରକାରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୧୯୫୭ରେ ସମ୍ପୂର୍ଣ୍ଣ ହୋଇଥିଲା । ଏହି ନଦୀବନ୍ଧ ଯୋଜନାରେ ସମୁଦାୟ ୮୪,୯୯୪ ବର୍ଗ କି.ମି. ଅଞ୍ଚଳରୁ ଜଳ ସଂଗୃହିତ ହେଉଥିବାବେଳେ ସେଥିରୁ ୬୭,୧୬୮ ବର୍ଗ କି.ମି.
କାର୍ତ୍ତିକ ମାସର ଶେଷ ପାଞ୍ଚଦିନ (କାର୍ତ୍ତିକ ଶୁକ୍ଳ ଏକାଦଶୀ ଠାରୁ ପୂର୍ଣ୍ଣିମା ପର୍ଯ୍ୟନ୍ତ)କୁ ପବିତ୍ର ପଞ୍ଚକ ଭାବେ ପାଳନ କରାଯାଏ । ଏହା ମହା ପଞ୍ଚକ, ବକପଞ୍ଚକ ବା ଭୀଷ୍ମପଞ୍ଚକ ବି ବିଷ୍ଣୁ ପଞ୍ଚକ ଭାବେ ମଧ୍ୟ ଜଣାଶୁଣା । ଯେଉଁମାନେ କାର୍ତ୍ତିକ ମାସ ସାରା ହବିଷ୍ୟ କରିପାରନ୍ତି ନାହିଁ, ସେମାନେ ଏହି ପାଞ୍ଚଦିନ ହବିଷ୍ୟ ପାଳନ କରନ୍ତି । ଅନେକ ଅଁଳା ନବମୀ, ରାଧାପାଦ ଦର୍ଶନ ଦିବସ ଠାରୁ ସାତଦିନ ହବିଷ୍ୟ କରନ୍ତି । ଏହି ପାଞ୍ଚଦିନ ହିନ୍ଦୁମାନେ ଆମିଷ ପରିତ୍ୟାଗ କରି ଶୁଦ୍ଧ, ସାତ୍ତ୍ଵିକ ଖାଦ୍ୟ ଭୋଜନ କରନ୍ତି । ଏହିପଞ୍ଚକରେ ବକମାନେ ମଧ୍ୟ ଆମିଷ ଭୋଜନରୁ ନିବୃତ୍ତ ରୁହନ୍ତି ବୋଲି କଥିତ ଅଛି । ତେଣୁ ଏହାକୁ 'ବକ ପଞ୍ଚକ' କୁହାଯାଏ । ଶର ଶଯ୍ୟା ଉପରେ ଶାୟିତ ପିତାମହ ଭୀଷ୍ମ ରାଜଧର୍ମ, ମୋକ୍ଷଧର୍ମ, ଦାନଧର୍ମ ବର୍ଣ୍ଣନା କରିଥିଲେ, ଯାହାକୁ ପାଣ୍ଡବମାନଙ୍କ ସହିତ ଭଗବାନ ଶ୍ରୀକୃଷ୍ଣ ମଧ୍ୟ ଶୁଣିଥିଲେ । ଏଥିରେ ପ୍ରସନ୍ନ ହୋଇ ଶ୍ରୀବାସୁଦେବ କହିଲେ ଆପଣ ଧନ୍ୟ । ଧର୍ମର ଗୂଢ଼ ରହସ୍ୟ ବର୍ଣ୍ଣନା କରିଛନ୍ତି । କାର୍ତ୍ତିକ ଏକାଦଶୀ ଦିନ ତମେ ଜଳର ଇଚ୍ଛା କରିଛ । ଅର୍ଜୁନ ବାଣଦ୍ଵାରା ଗଙ୍ଗାଜଳ ପ୍ରସ୍ତୁତ କଲେ, ଯଦ୍ଵାରା ତମର ତନ, ମନ, ପ୍ରାଣ ସନ୍ତୁଷ୍ଟ ହେଲା । ଏଣୁ ଆଜିଠାରୁ ପୂର୍ଣ୍ଣିମା ପର୍ଯ୍ୟନ୍ତ ପାଞ୍ଚଦିନ ଯେଉଁମାନେ ତୁମକୁ ଜଳ ଅର୍ଘଦାନ କରିବେ- ସେମାନେ ମୋତେ ତୃପ୍ତକରିବେ । ଏହା ହେଉଛି ଭୀଷ୍ମପଞ୍ଚକ- ପ୍ରତିବର୍ଷ ପାଳିତ ହେବ । ସାଧାରଣତଃ ସନ୍ତାନପ୍ରାପ୍ତି ଉଦ୍ଦେଶ୍ୟରେ ଅନେକ ଏହି ଭୀଷ୍ମପଞ୍ଚକ ବ୍ରତ ପାଳନ କରନ୍ତି । କାର୍ତ୍ତିକ ମାସର ଶେଷ ପାଞ୍ଚଦିନ ଅର୍ଥାତ୍ କାର୍ତ୍ତିକ ଶୁକ୍ଳ ଏକାଦଶୀ ଠାରୁ ପୂର୍ଣ୍ଣମୀ ପର୍ଯ୍ୟନ୍ତ ପରମ ପବିତ୍ର ଦିବସ I ଏହି ପଞ୍ଚକରେ ତେତିଶ କୋଟି ଦେବତା ମନୁଷ୍ୟମାନଙ୍କର ସନ୍ନିକଟ ହୋଇଯାନ୍ତି I ଏହି ସମୟରେ ଏକଲକ୍ଷ ତୁଳସୀପତ୍ର ଚଢାଇ ବିଷ୍ଣୁଙ୍କୁ ପୂଜାକଲେ, ସମସ୍ତ ଦେବତା ପ୍ରସନ୍ନହୋଇ ବର ପ୍ରଦାନକରନ୍ତି I “ ସର୍ବଦେବ ନମସ୍କାରଃ କେଶବଂ ପ୍ରତିଗଚ୍ଛତି I” ଭଗବାନ୍ ବିଷ୍ଣୁ ଇପ୍ସିତ ବର ପ୍ରଦାନକରନ୍ତି I ଗୋଟିଏ ଗୋଟିଏ ତୁଳସୀ ଦଳ ଗୋଟିଏ ଗୋଟିଏ ମୋତି ହୋଇଯାଏ I ପାଞ୍ଚଦିନ ଗୋବିନ୍ଦ ନାମ ସ୍ମରଣକଲେ ଅକ୍ଷୟପୁଣ୍ୟ ପ୍ରାପ୍ତିହୁଏ I “ଗୋବିନ୍ଦ ଗୋବିନ୍ଦ ହରେ ମୁରାରେ ଗୋବିନ୍ଦ ଗୋବିନ୍ଦ ମୁକୁନ୍ଦକୃଷ୍ଣ / ଗୋବିନ୍ଦ ଗୋବିନ୍ଦ ରଥାଙ୍ଗ ପାଣେ ଗୋବିନ୍ଦ ଦାମୋଦର ମାଧବେତି I” ଭାଗବତ ଏବଂ ଗୀତା ପାଠ କରିବା ବିଧେୟ I ଏହିସମୟରେ ପ୍ରତ୍ୟେହ ଗୀତାର ଗୋଟିଏ ଶ୍ଳୋକ ପାଠକରି ମଧ୍ୟ ମନୁଷ୍ୟ ଜୀବନ୍ମୁକ୍ତ ହୋଇଯିବ । ସ୍କନ୍ଦ ପୁରାଣ ମତେ: “ କାର୍ତ୍ତିକ ମାସି ବିପ୍ରେନ୍ଦ୍ର ଯସ୍ତୁଗୀତାଂ ପଠେନ୍ନରଃ ତସ୍ୟ ପୁଣ୍ୟଫଳଂ ବକ୍ତୁଂ ମମଶକ୍ତି ର୍ନ ବିଦୀତେ ଗୀତାୟାସ୍ତୁ ସମଂ ଶାସ୍ତ୍ରଂ ନ ଭୂତଂ ନ ଭବିଷ୍ୟତି ସର୍ବ ପାପହରା ନିତ୍ୟଂ ଗୀତୈକା ମୋକ୍ଷଦାୟିନୀ ଶ୍ରୀମଦ୍ ଭଗବତସ୍ୟାପି ଶ୍ରବଣଂ ଯଃ ସମାଚରେତ୍ ସର୍ବପାପ ବିନିର୍ମୁକ୍ତଃ ପରଂ ନିର୍ବାଣ ମୃଚ୍ଛତି I” ଏହିପାଞ୍ଚଦିନକୁ ଭୀଷ୍ମ ପଞ୍ଚକ କୁହାଯିବାର ପୌରାଣିକ ରହସ୍ୟ ହେଉଛି – ବାଣ ଶଯ୍ୟା ଉପରେ ଶାୟିତ ପିତାମହ ଭୀଷ୍ମ ରାଜଧର୍ମ, ମୋକ୍ଷଧର୍ମ, ଦାନଧର୍ମ ବର୍ଣ୍ଣନା କରିଥିଲେ, ଯାହାକୁ ପାଣ୍ଡବମାନଙ୍କ ସହିତ ଭଗବାନ ଶ୍ରୀକୃଷ୍ଣ ମଧ୍ୟ ଶୁଣିଥିଲେ I ଏଥିରେ ପ୍ରସନ୍ନ ହୋଇ ଶ୍ରୀବାସୁଦେବ କହିଲେ ଆପଣ ଧନ୍ୟ I ଧର୍ମର ଗୂଢ଼ ରହସ୍ୟ ବର୍ଣ୍ଣନା କରିଛନ୍ତି I କାର୍ତ୍ତିକ ଏକାଦଶୀଦିନ ତମେ ଜଳର ଯାଚନା କରିଛ I ଅର୍ଜୁନ ବାଣର ବେଗରେ ଗଙ୍ଗାଜଳ ପ୍ରସ୍ତୁତ କଲେ, ଯଦ୍ୱାରା ତମର ତନ, ମନ, ପ୍ରାଣ ସନ୍ତୁଷ୍ଟ କଲା । ଏଣୁ ଆଜିଠାରୁ ପୂର୍ଣ୍ଣିମା ପର୍ଯ୍ୟନ୍ତ ପାଞ୍ଚଦିନ ଯେଉଁମାନେ ତୁମକୁ ଜଳ ଅର୍ଘଦାନ କରିବେ – ସେମାନେ ମୋତେ ତୃପ୍ତ କରିବେ I ଏହା ହେଉଛି ଭୀଷ୍ମପଞ୍ଚକ – ପ୍ରତିବର୍ଷ ପାଳିତ ହେବ I ବ୍ରତଧାରୀ ସବ୍ୟ ହୋଇ ମହାତ୍ମା ଭୀଷ୍ମଙ୍କ ପାଇଁ ତର୍ପଣ କରିବେ I ଏହିଭୀଷ୍ମ ତର୍ପଣ ସମସ୍ତ ବର୍ଣ୍ଣର ଲୋକେ କରିପାରିବେ I ମନ୍ତ୍ର ହେଉଛି- “ ସତ୍ୟବ୍ରତାୟ ଶୁଚିୟେ ଗାଙ୍ଗେୟାୟ ମହାତ୍ମନେ ଭୀଷ୍ମାୟୈତଦ୍ ଦଦାମ୍ୟର୍ଘ୍ୟ ମାଜନ୍ମ ବ୍ରହ୍ମଚାରିଣେ I” ଆଜନ୍ମ ବ୍ରାହ୍ମଚର୍ଯ୍ୟ ପାଳନକର୍ତ୍ତା ପରମ ପବିତ୍ର ସତ୍ୟବ୍ରତ ପରାୟଣ ଗଙ୍ଗାନନ୍ଦନ ଭୀଷ୍ମଙ୍କୁ ମୁଁ ଏହି ଅର୍ଘ୍ୟ ପ୍ରଦାନ କରୁଛି । ସନ୍ତାନ ପ୍ରାପ୍ତି ଉଦ୍ଦେଶ୍ୟରେ ଅନେକ ଏହି ଭୀଷ୍ମପଞ୍ଚକ ବ୍ରତ ପାଳନ କରନ୍ତି । ସନ୍ତାନହୀନ ବ୍ୟକ୍ତିଙ୍କ ପାଇଁ ଭୀଷ୍ମପଞ୍ଚକ ପାଳନୀୟ- ଏକଥା ପଞ୍ଚକରେ ଅର୍ଘ୍ୟଦାନ ମନ୍ତ୍ରରୁ ସୁସ୍ପଷ୍ଟ ହୋଇଥାଏ I ଅର୍ଘ୍ୟଦାନ ମନ୍ତ୍ର ହେଉଛି- “ବୈୟାଘ୍ୟପଦ ରୋତ୍ରାୟ ସାଙ୍କୃତ ପ୍ରବରାୟ ଚ ଅପୁତ୍ରାୟ ଦଦାମ୍ୟେତ ଦୁଦକଂ ଭୀଷ୍ମ ବର୍ମଣେ ବତ୍ସନାମବତାରାୟ ଶନ୍ତନୋ ରାତ୍ମଜାୟ ଚ ଅର୍ଘ୍ୟଂ ଦଦାମି ଭୀଷ୍ମାୟ ଆଜନ୍ମ ବ୍ରହ୍ମଚାରିଣେ I” ଯାହାଙ୍କର ବ୍ୟାଘ୍ରପଦ ଗୋତ୍ର ଏବଂ ସାଂକୃତ ପ୍ରବର, ସେହିପୁତ୍ର ରହିତ ଭୀଷ୍ମବର୍ମାଙ୍କୁ ମୁଁ ଏହିଜଳ ଦେଉଛି I ବସୁମାନଙ୍କ ଅବତାର, ଶାନ୍ତନୁଙ୍କ ପୁତ୍ର, ଆଜନ୍ମ ବ୍ରହ୍ମଚାରୀ ଭୀଷ୍ମଙ୍କୁ ମୁଁ ଅର୍ଘ୍ୟ ଦେଉଛି I ପଞ୍ଚଗବ୍ୟ, ସୁଗନ୍ଧଚନ୍ଦନ, କୁଙ୍କୁମଦ୍ୱାରା ଭକ୍ତିପୂର୍ବକ ଶ୍ରୀହରିଙ୍କ ପୂଜନ କରିବ I ଅଷ୍ଟାକ୍ଷର ମନ୍ତ୍ର “ଓଁ ନମୋ ବାସୁଦେବାୟ ” ବା ଷଡାକ୍ଷର ମନ୍ତ୍ର “ ଓଁ ରାମାୟନମଃ, ” ଶହେ ଆଠବାର ଜପ କରିବ I ବ୍ରତକାଳରେ ବ୍ରାହ୍ମଚର୍ଯ୍ୟ ପାଳନ କରିବ I କାର୍ତ୍ତିକ ପୌଷମାସୀରେ ବ୍ରାହ୍ମଣଙ୍କୁ ନ୍ୟୁନ ପକ୍ଷେ ପାଞ୍ଚ ଜଣ ବ୍ରାହ୍ମଣଙ୍କୁ ଭୋଜନ ଦେଇ ବ୍ରତ ଉଦ୍ ଯାପନ କରିବ । ଏହି ପଞ୍ଚକରେ ପାଞ୍ଚଦିନ ଯାକ ତାତ୍ପର୍ଯ୍ୟପୂର୍ଣ୍ଣ । ପଞ୍ଚକର ପ୍ରଥମଦିନ ହେଉଛି ବଡ ଏକାଦଶୀ I ଆଷାଢ ଶୁକ୍ଳପକ୍ଷ, ଏକାଦଶୀ ତିଥିରେ ଭଗବାନବିଷ୍ଣୁ ଶଙ୍ଖାସୁରକୁ ବଧ କରିଥିଲେ I ଅତଃ ସେହିଦିନ ଠାରୁ ଚାରିମାସ କାଳ ଭଗବାନ କ୍ଷୀରସାଗରରେ ବିଶ୍ରାମ କରନ୍ତି I ଚାର୍ତୁମ୍ୟାସ୍ୟା ପରେ କାର୍ତ୍ତିକ ଶୁକ୍ଳ ଏକାଦଶୀରେ ଜାଗ୍ରତ ହୁଅନ୍ତି I ଏହିକାରଣରୁ ବୈଷ୍ଣବମାନେ “ଉତ୍ତିଷ୍ଠୋତ୍ତିଷ୍ଠ ଗୋବିନ୍ଦ ଉତ୍ତିଷ୍ଠ ଗରୁଡଧ୍ୱଜ ଉତ୍ତିଷ୍ଠ କମଳାକାନ୍ତ ତୈଲୋକ୍ୟ ମଙ୍ଗଳଂ କୁରୁ” ମନ୍ତ୍ରୋଚାରଣ କରି ବିଷ୍ଣୁ ଭଗବାନଙ୍କୁ ଜାଗ୍ରତ କରାନ୍ତି I ହେ ଗୋବିନ୍ଦ ! ଉଠନ୍ତୁ, ଉଠନ୍ତୁ, ହେ ଗରୁଡଧ୍ୱଜ ! ଉଠନ୍ତୁ I ହେ କମଳାକାନ୍ତ !
ବରାହମିହିର (ସନ ୫୦୫- ସନ ୫୮୭) ହେଉଛନ୍ତି ଜଣେ ମହାନ୍ ଭାରତୀୟ ଗଣିତଜ୍ଞ, ଜ୍ୟୋତିର୍ବିଦ ଓ ଖଗୋଳ ବିଜ୍ଞାନୀ। ସେ କେବଳ ବରାହ ବା ମିହିର ଭାବେ ମଧ୍ୟ ପରିଚିତ। ତାଙ୍କର ଜନ୍ମ ଉଜ୍ଜୟିନୀରେ ହୋଇଥିଲା ।ପିତା ଆଦିତ୍ୟଦାସଙ୍କ ଠାରୁ ପାରମ୍ପାରିକ ଗଣିତ ଏବଂ ଜ୍ୟୋତିଷ ଶାସ୍ତ୍ର ଅଧ୍ୟୟନ କରି ସେଥିରେ ଅନେକ ସଂସ୍କାର ଆଣିଥିଲେ। ଗୁପ୍ତ ସାମ୍ରାଜ୍ୟର ବିକ୍ରମାଦିତ୍ୟ(ଚନ୍ଦ୍ରଗୁପ୍ତ-୨ୟ)ଙ୍କ ରାଜସଭାରେ ସେ ନବରତ୍ନଙ୍କ ମଧ୍ୟରେ ସ୍ଥାନ ପାଇଥିଲେ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ତାରିଣୀ ମନ୍ଦିର ଓଡ଼ିଶାର କେନ୍ଦୁଝର ଜିଲ୍ଲାର ଘଟଗାଁରେ ଥିବା ଏକ ଠାକୁରାଣୀ ମନ୍ଦିର । ଏଠାକାର ଅଧିଷ୍ଠାତ୍ରୀ ଦେବୀ ତାରିଣୀ । ପ୍ରବାଦରେ ଅଛି ଘଟଗାଁଠାରେ ଥିବା ମା ତାରିଣୀ ମନ୍ଦିରକୁ ୧୪୮୦ ମସିହାରେ କେନ୍ଦୁଝରର ତତ୍କାଳୀନ ରାଜା ଗୋବିନ୍ଦ ଭଞ୍ଜଦେଓ ନିର୍ମାଣ କରେଇଥିଲେ । ପୁରୀର ତତ୍କାଳୀନ ଗଜପତି ମହାରାଜାଙ୍କ ଆଦେଶକ୍ରମେ ମା ତାରିଣୀ ନୂଆ ମନ୍ଦିର ଘଟଗାଁଠାରେ ଶକ୍ତିପୀଠ ଭାବରେ ସ୍ଥାପିତ ହେଇପାରିଥିଲା । ମା ତାରିଣୀଙ୍କଠାରେ ମନାସିକ କାଲେ ତାହା ନିଶ୍ଚୟ ପୂରଣ ହୁଏ ବୋଲି ଭକ୍ତଙ୍କ ବିଶ୍ବାସ ଥାଏ ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଉଇକିପିଡ଼ିଆ' (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା ୱେବକୁ ନେଇ ତିଆରି ମିଳିତ ବହୁଭାଷୀ ଜ୍ଞାନକୋଷ । ଏହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ପରିଚାଳିତ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର ଉଇକିଆଳିଙ୍କଦ୍ୱାରା ସମ୍ପାଦିତ । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦେଇ ବଦଳାଯାଇପାରିବ । ଉଇକିପିଡ଼ିଆ ୨୦୦୧ ମସିହାରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦେଇ ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ । ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ପଞ୍ଚରତ୍ନ ଗୋବିନ୍ଦ ମନ୍ଦିର ବଙ୍ଗଳାଦେଶରେ ଥିବ ଏକ ହିନ୍ଦୁ ମନ୍ଦିର । ଏହି ମନ୍ଦିରଟି ରାଜସାହି ଜିଲ୍ଲାର ପୁଥିଆ ଠାରେ ଅବସ୍ଥିତ । ୧୯ଶ ଖ୍ରୀଷ୍ଟାବ୍ଦରେ ନିର୍ମିତ ଏହି ମନ୍ଦିରଟି ସେ ସମୟର ଏକ ଉଲ୍ଲେଖନୀୟ କିର୍ତ୍ତି ଭାବରେ ପରିଗଣିତ ହୋଇଥାଏ । ଏହି ମନ୍ଦିରଟି ପଞ୍ଚ ରତ୍ନ ବା ଧାତୁରେ ନିର୍ମିତ ହୋଇଛି । ଏହି ମନ୍ଦିରଟି ପୁଥିଆ ରଜାବାଟୀ ବା ଉଆସର ଭିତର ପାର୍ଶ୍ୱରେ ଅବସ୍ଥିତ ।
ଅନ୍ନପୂର୍ଣ୍ଣା ମହାରଣା (୧୯୧୭-୨୦୧୨) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ ଥିଲେ । ସେ ୧୯୧୭ ମସିହା ନଭେମ୍ବର ୩ ତାରିଖରେ କଟକର ବାଖରାବାଦଠାରେ ଜନ୍ମଗ୍ରହଣ କରିଥିଲେ । ସ୍ଵାଧୀନତା ସଂଗ୍ରାମୀ ବାପା ଗୋପବନ୍ଧୁ ଚୌଧୁରୀ ଓ ମା' ରମାଦେବୀ ଚୌଧୁରୀଙ୍କ ସଂଗ୍ରାମମୟ ଜୀବନର ଛିଟାପଡିଥିଲା ତାଙ୍କ ଉପରେ । ତାଙ୍କର ଶ୍ରଦ୍ଧାନାମ ଥିଲା "ଚୁନୁ" । ତେଣୁ ପରବର୍ତ୍ତୀ ସମୟରେ ସେ "ଚୁନୁଅପା" ନାମରେ ବେଶୀ ପରିଚିତ ହେଲେ । ଗୋପବନ୍ଧୁଙ୍କ ସପରିବାର ଗାନ୍ଧୀ-ନୀତି ଗ୍ରହଣ କରିଥିବାରୁ, ଅନ୍ନପୂର୍ଣ୍ଣାଙ୍କ ଉପରେ ପିଲାଦିନରୁ ଏହାର ପ୍ରଭାବ ପଡ଼ିଥିଲା ଓ ଏହି ଆଦର୍ଶରେ ସେ ଆଜୀବନ ବଞ୍ଚିଥିଲେ । ଗୋପବନ୍ଧୁ ନିଜର ସନ୍ତାନଙ୍କୁ ସରକାରୀ ସ୍କୁଲରେ ପଢାଇବାକୁ ଇଚ୍ଛୁକ ନଥିବାରୁ, ଅନ୍ନପୂର୍ଣ୍ଣାଙ୍କ ଶିକ୍ଷା ଘର ମଧ୍ୟରେ ହୋଇଥିଲା ।
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯)
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯) ୨୦୧୫ରେ ପ୍ରକାଶିତ ଏକ ଓଡ଼ିଆ ବହି । ଏଥିରେ ୧୯୩୬ରୁ ୧୯୬୯ ଭିତରେ ମୁକ୍ତିଲାଭ କରିଥିବା ଓଡ଼ିଆ ସିନେମା ସଂଗୀତ ସଂକଳିତ । ଏହା ସାମ୍ବାଦିକ ଓ ଓଡ଼ିଆ ଚଳଚ୍ଚିତ୍ର ସଂରକ୍ଷକ ସୂର୍ଯ୍ୟ ଦେଓଙ୍କଦ୍ୱାରା ସଂକଳିତ । ଏଥିରେ ଚଳଚ୍ଚିତ୍ର ସମ୍ପୂର୍ଣ୍ଣ ସଙ୍ଗୀତ ସହ ସେସବୁର ବିବରଣୀ, ସଂଗୀତକାର ଓ ଗୀତିକାରଙ୍କ ସମ୍ବନ୍ଧରେ ସଂକ୍ଷିପ୍ତ ପରିଚୟ ଏବଂ ଚଳଚ୍ଚିତ୍ର ସଙ୍ଗୀତର ପରଦା ପଛର କାହାଣୀ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱର ସ୍ଥିତ ସୃଜନଦ୍ୱାରା ୨୦୧୫ ମସିହାରେ ମେ ୨୩ ତାରିଖରେ ପ୍ରଥମେ ପ୍ରକାଶିତ ହୋଇଥିଲା । ଏଥିରେ ମନୋଜ ଦାସ, ମାୟାଧର ମାନସିଂହ, ଗୋଦାବରୀଶ ମହାପାତ୍ର, କୃଷ୍ଣପ୍ରସାଦ ବସୁ ଆଦି ଓଡ଼ିଆ ଲେଖକଙ୍କ ରଚନା ସ୍ଥାନୀତ ହୋଇଥିବା ଗୀତ ରହିଛି ।
ବଳିଆ କୁକୁର (ଭାରତରେ “ଢୋଲ୍” ଭାବେ ପରିଚିତ, ଜୀବ ବିଜ୍ଞାନ ନାମ Cuon Alpinus, ସମ୍ଵଲପୁରୀ ଭାଷାରେ କୋକବଲିଆ) ମଧ୍ୟ ଏସିଆ, ଦକ୍ଷିଣ ଏସିଆ ଓ ଦକ୍ଷିଣ-ପୂର୍ବ ଏସିଆରେ ଦେଖାଯାଉଥିବା ଏକ ଶ୍ଵାନ ଜାତୀୟ ପ୍ରାଣୀ । ବଳିଆ କୁକୁରକୁ ଭାରତର ଅନ୍ୟ ସ୍ଥାନ ମାନଙ୍କରେ ଲୋକେ ଢୋଲ୍, ଏସୀୟ ଜଙ୍ଗଲି କୁକୁର, ଭାରତୀୟ ଜଙ୍ଗଲି କୁକୁର, ହ୍ଵିସିଲ୍ ଶବ୍ଦକାରୀ କୁକୁର, ଲାଲ୍ କୁକୁର ଓ ପର୍ବତୀୟ ଗଧିଆ ମଧ୍ୟ କୁହନ୍ତି । ଜିନ୍ ଦୃଷ୍ଟିରୁ ଏହା ଶ୍ଵାନ ପ୍ରଜାତୀୟ ପ୍ରାଣୀଙ୍କ ନିକଟତମ, କିନ୍ତୁ ଏହାର ଖପୁରି ସମଜାତୀୟ ପ୍ରାଣୀଙ୍କ ଭଳି ଅବତଳ ନହୋଇ ସାମାନ୍ୟ ଉତ୍ତଳ ହୋଇଥାଏ । ଏହି ଦୁଇ ପ୍ରଜାତିଙ୍କ ଥୋଡ଼ି ବା ମୁହଁର ଗଠନରେ ମଧ୍ୟ ତଫାତ ଥାଏ । ପ୍ଲାଇଷ୍ଟୋସିନ୍ ସମୟରେ ବଳିଆ କୁକୁର ଏସିଆ, ଇଉରୋପ ଏବଂ ଉତ୍ତର ଆମେରିକାରେ ବହୁ ପରିମାଣରେ ଚଳପ୍ରଚଳ କରୁଥିଲେ କିନ୍ତୁ ପ୍ରାୟ ୧୨,୦୦୦ରୁ ୧୮,୦୦୦ ବର୍ଷ ପୂର୍ବେ ସେମାନଙ୍କ ଭୌଗୋଳିକ ଅବସ୍ଥିତି କ୍ରମେ ସୀମିତ ହେବାକୁ ଲାଗିଲା ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ଚିଲିକା ଓଡ଼ିଶାର ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ବ୍ୟାପିଥିବା ଏକ ଲବଣାକ୍ତ ହ୍ରଦ । ଏହା ଓଡ଼ିଶାର ସବୁଠୁ ବଡ଼ ହ୍ରଦ । ଅଂଶୁପା ଓ ସର ମଧୁରଜଳ ହ୍ରଦ ହୋଇଥିବା ବେଳେ ଚିଲିକା ହେଉଛି ଲବଣାକ୍ତ ଜଳ ( Brackish Water) ହ୍ରଦ। ଏଠାରେ ଥିବା ନଳବଣ ବିଦେଶୀ ପକ୍ଷୀମାନଙ୍କ ଶୀତକାଳୀନ ବାସସ୍ଥାନ । ଚିଲିକାରେ ଶୀତଦିନ ବିତାଇବା ପାଇଁ ଏମାନେ ହଜାର ହଜାର ମାଇଲ ଉଡ଼ି ସୁଦୂର ଉତ୍ତର ଗୋଲାର୍ଦ୍ଧ ଓ ସାଇବେରିଆ ଅଞ୍ଚଳରୁ ଆସନ୍ତି । ଏଠାରେ ଥିବା ପରିକୁଦ ଓ ମାଲୁଦ ଦ୍ଵୀପରେ ଥିବା ମନ୍ଦିର ପର୍ଯ୍ୟଟକମାନଙ୍କ ପାଇଁ ଅନ୍ୟତମ ଆକର୍ଷଣ । ପ୍ରକୃତିର ବିବିଧତା ଏଠାରେ ଫୁଟିକରି ଦେଖାଯାଏ । ବିଭିନ୍ନ ପ୍ରକାରର ପକ୍ଷୀ, ସାମୁଦ୍ରିକ ପ୍ରାଣୀ, ଉଦ୍ଭିଦମାନଙ୍କର ଏହା ଗନ୍ତାଘର ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ପୋତାଗଡ ଦୁର୍ଗଟି “ଗଞ୍ଜାମ ଗଡ” ନାମରେ ମଧ୍ୟ ପରିଚିତ । ପ୍ରକୃତରେ ଦେଖିବାକୁ ଗଲେ ଏହା ଏକ ଦୁର୍ଗ ନୁହେଁ ବରଂ ବିଭିନ୍ନ ସମୟରେ ନିର୍ମିତ ଅନେକ ଦୁର୍ଗର ମିଶ୍ରଣ । ଦୁର୍ଗର ଦୈର୍ଘ୍ୟ ପ୍ରାୟ ୯୨ ମିଟର୍, ପ୍ରସ୍ଥ ୧୯ ମିଟର୍ ଓ ଉଚ୍ଚତା ପ୍ରାୟ ୧୫ ମିଟର୍ । ଦୁର୍ଗଟି ଭୂମିତଳେ ନିର୍ମିତ ହୋଇଥିଲା ଓ ଦୂରରୁ ଅତି ସହଜରେ ଚିହ୍ନଟ କରାଯାଇପାରିବ । ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁରଠାରୁ ପ୍ରାୟ ୮ କି.ମି.
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ପିଲାଙ୍କ ଉଦ୍ଦେଶ୍ୟରେ ଲିଖିତ ସାହିତ୍ୟ ହେଉଛି ଶିଶୁ ସାହିତ୍ୟ । ଓଡ଼ିଶାରେ ଶିଶୁ ସାହିତ୍ୟର ଏକ ବିସ୍ତୃତ ଇତିହାସ ଅଛି । ଆଈର କାହାଣୀ ପେଡି ,ମାଆର ଜହ୍ନମାମୁ ଗୀତ, ସାଙ୍ଗ ସାଥୀଙ୍କ ସହ ଖେଳିବା ବେଳେ ଶିଶୁ ମୁହଁର ଗୀତ ସବୁ ପୁରାକାଳରେ ଶିଶୁର ବିନୋଦନ ଓ ମନୋରଞ୍ଜନ କ୍ଷେତ୍ରରେ ସହାୟକ ହେଉଥିଲା । ଏସବୁ ଶିଶୁ ସାହିତ୍ୟ ଆରମ୍ଭ ପର୍ଯ୍ୟାୟର କଥା । ପରବର୍ତ୍ତୀ ସମୟରେ ବିଭିନ୍ନ ପୁରାଣ କାହାଣୀ ,ରହସ୍ୟ କଥା ଓ କଉତୁକ ଗୀତସବୁ ଶିଶୁର କଅଁଳ ମନକୁ ବେଶ କିଛି ବର୍ଷ ଧରି ପ୍ରଭାବିତ କରି ରଖିଥିଲା । ଓଡ଼ିଆରେ ରଚିତ ଶିଶୁ ଉପଯୋଗୀ ଲେଖା (କବିତା, ଗପ, ଉପନ୍ୟାସ) ଓଡ଼ିଆ ଶିଶୁ ସାହିତ୍ୟର ମୁଖ୍ୟ ବିଭବ । ଓଡ଼ିଆ ଶିଶୁ ସହିତ୍ୟ ପ୍ରଥମତଃ ଶିଶୁକୁ ମନୋରଞ୍ଜନ ଦେଇଥାଏ । ଦ୍ୱିତୀୟରେ ଏହା ଶିକ୍ଷଣୀୟ ହୋଇଥିବାରୁ ଶିଶୁର ଜୀବନଗଠନରେ ସହାୟକ ହୋଇଥାଏ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଦୁର୍ଗା ପୂଜା ହିନ୍ଦୁଧର୍ମାବଲମ୍ବୀମାନଙ୍କର ତଥା ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହି ପର୍ବର ଶେଷ ଦିନଟିକୁ ଦଶହରା ବା ବିଜୟା ଦଶମୀ ନାମରେ ପରିଚିତ । ଦୁର୍ଗା ପୂଜା ଶକ୍ତି ଉପାସନାର ପର୍ବ । ଏହା ବିଭିନ୍ନ କୁଳାଚାର ମତେ ଷୋଳଦିନ, ନଅଦିନ ବା ତିନିଦିନ ଧରି ପାଳିତ ହୁଏ । ମୁଖ୍ୟତଃ ଶରତ ଋତୁର ଆଶ୍ଵିନ ଶୁକ୍ଲପକ୍ଷ ପ୍ରତିପଦ ଠାରୁ ନବମୀ ବିଶେଷଭାବେ ଦେବୀଙ୍କ ପୂଜନର ପ୍ରକୃଷ୍ଟ ସମୟ ହୋଇଥିଲେ ହେଁ ଚୈତ୍ର ଶୁକ୍ଲ ପକ୍ଷରେ ମଧ୍ୟ ଏହା ବାସନ୍ତୀ ନବରାତ୍ର ରୂପେ ପାଳନ କରାଯାଇଥାଏ । ଦେବୀ ପୁରାଣ ଓ କାଳିକା ପୁରାଣରେ ଦୁର୍ଗାପୂଜାକୁ ଶାରଦୀୟ ପାର୍ବଣ କୁହାଯାଉଥିବା ବେଳେ ମାର୍କଣ୍ଡେୟ ପୁରାଣରେ ବାର୍ଷିକୀ ଶାରଦ ପୂଜନ କୁହାଯାଏ । ଦେବୀ ଦୁର୍ଗା ଦୁଃଖନାଶିନୀ।ନବରାତ୍ରୀରେ ଦୁର୍ଗାଙ୍କୁ ଶ୍ରଦ୍ଧାର ସହ ପୂଜା କଲେ ଉପାସକ ନବଶକ୍ତି ପ୍ରାପ୍ତ ହେଇଥାନ୍ତି । ଶାରଦୀୟ ନବରାତ୍ରୀ କାଳରେ ବ୍ରହ୍ମାଣ୍ଡର ସମସ୍ତ ଗ୍ରହ ସକ୍ରିୟ ଥିବାରୁ ଶକ୍ତି ଉପାସକଙ୍କର କୈଣସି ଅନିଷ୍ଟ ହୁଏନାହିଁ । ଦୁର୍ଗାଙ୍କର ଏହି ନବଶକ୍ତି ଜାଗ୍ରତ କରିବା ପାଇଁ ନବାର୍ଣ୍ଣ ବା ନବାକ୍ଷରୀ ମନ୍ତ୍ର ଜପ କରିବା ପାଇଁ ପରାମର୍ଶ ଦିଆଯାଇଛି । ନବର ଅର୍ଥ ନଅ ଓ ଅର୍ଣର ଅର୍ଥ ଅକ୍ଷର । ନବାର୍ଣ୍ଣ ମନ୍ତ୍ରଟି ହେଉଛି - ଐଂ ହ୍ଲୀଂ କ୍ଲୀଂ ଚାମୁଣ୍ଡାୟୈ ବିଚ୍ଚେ।ଏହି ମନ୍ତ୍ରର ପ୍ରତ୍ୟେକ ଅକ୍ଷର ଦୁର୍ଗାଙ୍କ ଗୋଟିଏ ଗୋଟିଏ ଶକ୍ତିର ପରିଚାୟକ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ସଂସାରରେ ଅନେକ ପ୍ରକାରର ବନସ୍ପତି ରହିଅଛି । ସେ ସବୁକୁ ମୁଖ୍ୟତଃ ତିନି ଭାଗରେ ବିଭକ୍ତ କରାଯାଇପାରେ । ପ୍ରଥମ ପ୍ରକାର ବନସ୍ପତି ଜାଳେଣି, ସାର ବା କେତେକ ଉପକରଣ ତିଆରି କାମରେ ଲାଗେ, ଦ୍ଵିତୀୟ ପ୍ରକାର ବନସ୍ପତି ମଣିଷ ଓ ଇତର ପ୍ରାଣୀମାନଙ୍କର ଖାଦ୍ୟ ହୋଇଥାଏ ଓ ଆଉ କିଛି ଗଛଲତା ବିଭିନ୍ନ ପ୍ରକାର ରୋଗର ନିରାମୟ ଓ ନିରାକରଣରେ ବ୍ୟବହୃତ ହୋଇଥାଏ । ତେବେ ଏମିତି ଅନେକ ବନସ୍ପତି ରହିଛି ଯାହାର ଏକାଧିକ ଉପଯୋଗ ରହିଥାଏ । ନିମ୍ନସ୍ଥ ତାଲିକାରେ ଥିବା ଗଛଲତା ଗୁଡିକର ଅଂଶବିଶେଷକୁ ଔଷଧ ଭାବେ ଉପଯୋଗ କରାଯାଇଥାଏ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ସେ ଜଗତସିଂହପୁର ଜିଲ୍ଲାର ବାଲିକୁଦାଠାରେ ୨୧ ଜାନୁଆରୀ ୧୯୪୩ ମସିହାରେ ଜନ୍ମ ଗ୍ରହଣ କରିଥିଲେ । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଦେଶର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ଵୀକୃତି ଲାଭ କରିଥିଲା । ଶ୍ରୀମତୀ ରାୟ ତାଙ୍କର ଯାଜ୍ଞସେନୀ (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ । ପରବର୍ତ୍ତୀ ସମୟରେ ଏହା ସାତଟି ଭାଷାରେ ଅନୁବାଦିତ ହୋଇଥିଲା ।
ସ୍ଵାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ଵ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ଵଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ଵଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ଵନାଥ ଦତ୍ତ ଓ ଭୁବନେଶ୍ଵରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ଵାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ଗେରୁଆ ପୋଷାକ ଧାରଣ କରିଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ଵରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ପୂର୍ବ, ପଶ୍ଚିମ, ଉତ୍ତର, ଦକ୍ଷିଣ ଏହି ୪ଟି ଦିଗ ଓ ଅଗ୍ନି, ବାୟୁ, ନୈଋତ ଓ ଐଶାନ୍ୟ, ଏହି ୪ଟି ବିଦିକ୍ ବା ଦିକ୍କୋଣ ବା ବିଦିଗ ଏବଂ ଉର୍ଦ୍ଧ୍ଵ ଓ ନିମ୍ନ, ଏରୂପେ ୧୦ଟିକୁ ଦିକ୍ ବା ଦିଗ ବୋଲାଯାଏ । ସୂର୍ଯ୍ୟଙ୍କର ଯେଉଁ ଦିଗରେ ଉଦୟ ହୁଏ ତାହା ପୂର୍ବ ଦିଗ । ପୂର୍ବ ଆଡ଼କୁ ମୁହଁ କରି ଠିଆ ହେଲେ ମନୁଷ୍ୟର ମୁହଁ ପୂର୍ବକୁ, ପିଠି ପଶ୍ଚିମକୁ, ଡାହାଣ (ଦକ୍ଷିଣ) ହାତ ଦକ୍ଷିଣକୁ ଓ ବାମ ହାତ ଉତ୍ତରକୁ ରହେ; ମୁଣ୍ଡ ଉପର ଆଡ଼ ଉର୍ଦ୍ଧ୍ଵ ଓ ଗୋଡ଼ ତଳ ଆଡ଼ ଅଧଃ । ନକ୍ସା ଆଦିର ଉପର ପାଖ ଉତ୍ତର ଦିଗ ଓ ତଳ ପାଖ ଦକ୍ଷିଣ ଦିଗ ଓ ନକ୍ସାକୁ ଚାହିଁବା ଲୋକର ଡାହାଣ ହାତ ପାଖ ନକ୍ସାର ପୂର୍ବ ଦିଗ ଓ ବାମ ହାତ ପାଖ ପଶ୍ଚିମ ଦିଗ ବୋଲି କଳ୍ପିତ ହୁଏ ।
ତାରାତାରିଣୀ ମନ୍ଦିର ଓଡ଼ିଶାର ଗଞ୍ଜାମ ଜିଲ୍ଲାରେ ଅବସ୍ଥିତ ହିନ୍ଦୁ ଧର୍ମର ଶକ୍ତି-ସ୍ୱରପିଣୀ ଦେବୀ ତାରାତାରିଣୀଙ୍କ ଏକ ମନ୍ଦିର । ଆମ ଦେଶରେ ଥିବା ବିଭିନ୍ନ ଶକ୍ତିପୀଠ ମଧ୍ୟରେ ଏହା ଅନ୍ୟତମ ଅଟେ । ଏହି ଶକ୍ତିପୀଠରେ ତାରା ଓ ତାରିଣୀ ରୂପରେ ଦୁଇ ଭଉଣୀ ପୂଜା ପାଉଛନ୍ତି । ଏହି ପୀଠର ମହିମା ଯୋଗୁଁ ବେଶ ପ୍ରସିଦ୍ଧି ଲାଭ କରିଛି । ଓଡ଼ିଶାରେ ଥିବା ବିଭିନ୍ନ ଶକ୍ତିପୀଠ ମଧ୍ୟରେ ମା ତାରାତାରିଣୀଙ୍କ ପୀଠର ସ୍ୱାତନ୍ତ୍ର୍ୟତା ରହିଛି । ଏହି ପୀଠ ବୌଦ୍ଧ, ବୈଷ୍ଣବୀ, ତନ୍ତ୍ର ଓ ଶକ୍ତିପୀଠ ନାମରେ ପ୍ରସିଦ୍ଧି ଲାଭ କରିଛି ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଲିନକ୍ସ (ଇଂରାଜୀ:linux) ଅଧିକାଂଶ କ୍ଷେତ୍ରରେ ଇଉନିକ୍ସ(UNIX) ପରି ମନେହୁଏ ଓ ଇଉନିକ୍ସ ପରି ଦେଖାଯାଏ । କିନ୍ତୁ ଲିନକ୍ସ , ଇଉନିକ୍ସ ଅପେକ୍ଷା ନୂଆ ଅଟେ । ଏହାର ଗଠନ ଆରମ୍ଭ ହେଲା ୧୯୯୧ରେ , ଯେତେବେଳେ ଜଣେ ଫିନ୍ (Finnish) ଛାତ୍ର "ଲିନସ ଟରୱାଲଡସ୍" (Linus Torvalds) ଲିନକ୍ସର ଲେଖା ଆରମ୍ଭ କଲେ, ୮୦୩୮୬ ପ୍ରୋସେସର ପାଇଁ ଏକ ଛୋଟିଆ କର୍ନେଲ(Kernel) ଟିଏ ।
ତାଳଚେର (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ତାଳଚେର (କ୍ରମିକ ସଂଖ୍ୟା: ୬୦) ଅନୁଗୋଳ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ତାଳଚେର (ପୌ), ତାଳଚେର ବ୍ଳକ ଓ କଣିହାଁ ବ୍ଳକର କିଛି ଅଞ୍ଚଳ ।
ବୋରୋବୁଦୁର ଇଣ୍ଡୋନେସିଆର ମଧ୍ୟ ଜାଭା ପ୍ରାନ୍ତର ମଗେଲାଙ୍ଗ ନଗରରେ ସ୍ଥିତ ୭୫୦-୮୫୦ ସଦୀର ମଧ୍ୟର ମହାଯାନ ବୌଦ୍ଧ ଧର୍ମ ବିହାର ଅଟେ । ଏହା ଆଜି ମଧ୍ୟ ସଂସାରର ସବୁଠାରୁ ବଡ ବୌଦ୍ଧ ବିହାର ଅଟେ । ଏହାର ନିର୍ମାଣ ୯ବିଂ ଶତାବ୍ଦୀରେ ଶୈଳେନ୍ଦ୍ର ରାଜବଂଶର କାର୍ଯ୍ୟକାଳରେ ହୋଇଥିଲା । ବିହାରର ବନାବଟ ହାବାଇ ବୁଦ୍ଧ ସ୍ଥାପତ୍ୟକଳାର ଅନୁରୂପ ଅଟେ , ଯାହା ଇଣ୍ଡୋନେସିୟା ସ୍ଥାନିୟ ପନ୍ଥର ପୂର୍ବଜ ପୂଜା ଏବଂ ବୌଦ୍ଧ ଅବଧାରଣ ନିର୍ବାଣ ର ମିଶ୍ରିତ ଋପ ଅଟେ । ବିହାରରେ ଗୁପ୍ତ ରାଜବଂଶ କଳାର ପ୍ରଭାବ ମଧ୍ୟ ଦେଖାଯାଇଥାଏ ଯାହା ଏଥିରେ ଭାରତର କ୍ଷେତ୍ରୀୟ ପ୍ରଭାବ କୁ ଦର୍ଶାଇଥାଏ । କିନ୍ତୁ ବିହାରରେ ସ୍ଥାନିୟ କଳାର ଦୃଶ୍ୟ ଏବଂ ତତ୍ୱ ପର୍ଯ୍ୟାପ୍ତ ମାତ୍ରାରେ ସମ୍ମିଳିତ ରହିଥାଏ ଜାହା ବୋରୋବୁଦୁରକୁ ଅଦ୍ୱିତୀୟ ରୂପେ ଇଣ୍ଡୋନେଶୀଆ ନିଗମିତ କରିଥାଏ ।
ତାଳପତ୍ର ପୋଥିଗୁଡ଼ିକ ଶୁଖିଲା ତାଳପତ୍ରରେ ତିଆରି ଅଭିଲେଖ । ଏଗୁଡ଼ିକ ସାଧାରଣତଃ ଅଭିଲେଖ ତିଆରି କାମରେ ଦକ୍ଷିଣ ଏସିଆ ଓ ଦକ୍ଷିଣପୂର୍ବ ଏସିଆରେ ପଞ୍ଚମ ଶତାବ୍ଦୀରେ ବ୍ୟବହୃତ ହେଉଥିଲା । ଏଗୁଡ଼ିକ ତା' ଆଗରୁ ମଧ୍ୟ ବ୍ୟବହୃତ ହୋଇଥାଇପାରେ । ତାଳପତ୍ରରେ ଅଭିଲିଖନ ପ୍ରଥମେ ଦକ୍ଷିଣ ଏସିଆରୁ ଆରମ୍ଭ ହୋଇ ପରେ ବାକି ଦେଶମାନଙ୍କରେ ଆରମ୍ଭ ହୋଇଥିଲା । ବୋରାସସ ଜାତିର (ପାଲମାଇରା ତାଳ) ଗଛର ପତ୍ର କିମ୍ବା ତାଳ (ଓଳ ପତ୍ର, କରିଫା ଅମ୍ବ୍ରାକୁଲିଫେରା ବା ତାଳିପଟ ତାଳ) ଶୁଖିଲା ପତ୍ରକୁ ଧୂଆଁରେ ରଖାଯାଇ.
ପୌରାଣିକ ମତେ ହନୁମାନ ସୁଗ୍ରୀବଙ୍କ ଭଣଜା ଓ ରାମଚନ୍ଦ୍ରଙ୍କ ଶ୍ରେଷ୍ଠ ଭକ୍ତଭାବେ ପରିଚିତ । ଏହାଙ୍କ ମାତାଙ୍କ ନାମ ଅଞ୍ଜନା; ଏ ବାୟୁଦେବତାଙ୍କ ପୁତ୍ର । ଏ ପ୍ରଥମେ ବାଳିଙ୍କର ସେନାପତି ଥିଲେ, ପରେ ବାଳିଙ୍କର ରାଜ୍ୟରୁ ବିତାଡ଼ନ ପରେ ଏ ସୁଗ୍ରୀବଙ୍କର ପାରିଷଦ ହେଲେ ସୀତାହରଣ ପରେ ରାମଚନ୍ଦ୍ରଙ୍କର ସୁଗ୍ରୀବଙ୍କ ସଙ୍ଗେ ମିତ୍ରତା ହେବାରୁ ଏ ସୀତାଙ୍କୁ ଠାବ କରିବାକୁ ଦୂତରୂପେ ଦକ୍ଷିଣକୁ ଯାଇ ଲଙ୍କାରେ ଅଶୋକବନରେ ସୀତାଙ୍କୁ ଠାବ କରି, ତାଙ୍କୁ ଶ୍ରୀରାମଙ୍କ ସଂବାଦ ଦେଇ, ତାଙ୍କଠାରୁ ଲେଉଟ ସଂବାଦ ଓ ସଂଙ୍କେତ ଆଣି ଶ୍ରୀରାମଙ୍କୁ ଦେଇଥିଲେ । ଏ ଅତ୍ୟନ୍ତ ବଳଶାଳୀ ଥିଲେ ଓ ଭାରତବର୍ଷରୁ ଲଙ୍କାକୁ ଡେଇଁଥିଲେ ଲକ୍ଷ୍ମଣଙ୍କ ଶକ୍ତିଭେଦ ହେବାରୁ ଏ ଅମରଔଷଧି ଆଣିବାକୁ ଯାଇ ଗନ୍ଧମାର୍ଦ୍ଦନ ପର୍ବତକୁ ଉପାଡ଼ି ନିଜ ମୁଣ୍ଡରେ ବୋହି ଲଙ୍କାଠାକୁ ଆଣିବାରୁ ଲକ୍ଷ୍ମଣଙ୍କର ପ୍ରାଣରକ୍ଷା ହେଲା । ଏ ରାବଣଙ୍କ ରାକ୍ଷସ ସେନା ସଙ୍ଗେ ଖୁବ୍ ବୀରତା ସହକାରେ ୟୁଦ୍ଧ କରି ଥିଲେ ରାମଚନ୍ଦ୍ର ଦେହ ତ୍ୟାଗ କରିବା ସମଯରେ ଏହାଙ୍କୁ ଅମରବର ଦେଇଥିଲେ । କଥିତ ଅଛି ଯେ, ଲଙ୍କା ପୋଡ଼ିବା ପରେ ହନୁମାନ୍ ନିଜ ଲାଙ୍ଗୁଡ଼ରେ ଜଳୁଥିବା ନିଆଁକୁ ହାତରେ ଓ ଗୋଡ଼ରେ ମଳି ଲିଭାଇ ଦେଇ ସେହି କରତଳକୁ ମୁଁହରେ ବୋଳି ଦେବାରୁ ତାଙ୍କ ମୁହଁ କଳା ପଡ଼ିଗଲା ଓ ତଦବଧି ତାଙ୍କ ବଂଶଧରମାନେ (ହନୁମାଙ୍କଡ଼) ମୁହଁପୋଡ଼ା ବାନ୍ଦର ହେଲେ । ଦ୍ଵାପର ଯୁଗରେ ଭୀମଙ୍କ ସଙ୍ଗେ ଗନ୍ଧମାର୍ଦ୍ଦନ ପର୍ବତରେ ଏହାଙ୍କର ଭେଟ ହୋଇଥିଲା । ହିନ୍ଦୁମାନେ ଏହାଙ୍କୁ 'ମହାବୀର' ଠାକୁର ରୁପରେ ପୁଜା କରନ୍ତି ।
ଦୁର୍ଗା ପୂଜା ଆଶ୍ଵିନ ମାସରେ ହିନ୍ଦୁମାନେ ପାଳନ କରୁଥିବା ଏକ ଉତ୍ସବ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନହେଲେ ସେତେବେଳେ ବ୍ରହ୍ମା, ଶ୍ରୀବିଷ୍ଣୁ ଓ ଶିବଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜଦ୍ଵାରା ଦୁର୍ଗାଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳଦ୍ଵାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଗଦ୍ଵାରା ଶିରଚ୍ଛେଦ କଲେ । ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ । ତ୍ରେତୟା ଯୁଗରେ ରାବଣକୁ ପରାସ୍ତ କରିବା ନିମନ୍ତେ ରାମଚନ୍ଦ୍ର ଚୈତ୍ର ବଦଳରେ ଆଶ୍ଵିନରେ ଏହି ପୂଜା କରିଥିଲେ, ସେବେଠାରୁ ଏହା ଉଭୟ ଚୈତ୍ର ବାସନ୍ତୀ ନବରାତ୍ର ଓ ଆଶ୍ଵିନ ଶାରଦ ନବରାତ୍ର ଭାବେ ବିଦିତ ଓ ଉଭୟ ସମୟରେ ଦେବୀଙ୍କ ମହାପୂଜା ପ୍ରଚଳିତ । ନବମୀର ପରବର୍ତ୍ତୀ ଦିନ ବିଜୟଉତ୍ସବ ବା ବିଜୟାଦଶମୀ ପାଳିତ ହୁଏ,ଏହା ଦେବତାମାନଙ୍କଦ୍ଵାରା ମା ଦୁର୍ଗାଙ୍କ ଯୁଦ୍ଧ ପରବର୍ତ୍ତୀ ବିଜୟାଭିଷେକର ପରମ୍ପରାକୁ ସୂଚାଏ ।
କାଳୀ ଦଶମହାବିଦ୍ୟା ମଧ୍ୟରୁ ଅନ୍ୟତମ ଓ ଦେବୀ ଦୁର୍ଗାଙ୍କର ଶକ୍ତିଶାଳୀ ସ୍ଵରୂପ। କାଳରୂପୀ ଶିବଙ୍କର ଶକ୍ତି କାଳୀ ନାମରେ ମଧ୍ୟ ପରିଚିତା । ଚଣ୍ଡାସୁର ବଧ ସମୟରେ ଏହାଙ୍କର ଉତ୍ପତ୍ତି, ଏ ରକ୍ତବୀଜର ରକ୍ତ ପାନ କରିଥିଲେ । ଦକ୍ଷଯଜ୍ଞ ସମୟରେ ସତୀ ଏହି ମୂର୍ତ୍ତି ଧାରଣ କରିଥିଲେ । ମା’ କାଳୀ ସ୍ୱରୂପରେ ଭୟଙ୍କର କୃଷ୍ଣକାୟା, ଚତୁର୍ଭୁଜା, ନଗ୍ନା, ଲୋଳଜିହ୍ୱା (ଲହକା ଜିଭ), ମୁଣ୍ଡମାଳାଧାରିଣୀ । ତାଙ୍କର ଗୋଟିଏ ହାତ ଛିନ୍ନ-ମସ୍ତକ (ନରମୁଣ୍ଡ ବା ଖପର) ଧାରିଣୀ, ଅନ୍ୟଟି ଖଡ୍ଗ (ଖଣ୍ଡା)ରେ ଶୋଭିତ, ତୃତୀୟଟି ତ୍ରିଶୁଳ ଧାରଣ କରି ପାପୀ ରାକ୍ଷସମାନଙ୍କ ମଧ୍ୟରେ ଭୟ ସୃଷ୍ଟି କରେ ଏବଂ ଚତୁର୍ଥଟି ଭକ୍ତମାନଙ୍କୁ ଅଭୟ ମୁଦ୍ରାରେ ଆଶ୍ୱାସନା ଓ ଆଶୀର୍ବାଦ ଦେଇଥାଏ । ଭୀଷଣ ଭୟଙ୍କର ରୂପରେ ସେ ଶିବଙ୍କ ଉପରେ ଦଣ୍ଡାୟମାନା ।