ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଏକ ବାଦ୍ୟ ଯନ୍ତ୍ରର ନିର୍ମାଣ କିମ୍ବା ବ୍ୟବହାର ସଙ୍ଗୀତର ଧ୍ଵନି ବାହାର କରିବା ନିମନ୍ତେ ବ୍ୟବହାର କରାଯାଇଥାଏ । ମୋଟାମୋଟି ଭାବେ କୌଣସି ଧ୍ୱନି ସୃଷ୍ଟିକରୁଥିବା ବସ୍ତୁକୁ ବାଦ୍ୟଯନ୍ତ୍ର କୁହାଯାଇପାରେ । ବାଦ୍ୟଯନ୍ତ୍ରର ଇତିହାସ ମାନବ ସଂସ୍କୃତିର ଆରମ୍ଭରୁ ବୋଲି ଗଣାଯାଇଥାଏ । ଏହାର ଶୈକ୍ଷଣିକ ଅଧ୍ୟୟନକୁ ଇଂରାଜୀରେ "ଅର୍ଗାନୋଲୋଜି" କୁହାଯାଏ । ସଙ୍ଗୀତ-ବାଦ୍ୟ ରୂପରେ ଏକ ବାଦିତ ଯନ୍ତ୍ରର ତିଥି ଏବଂ ଉତ୍ପତ୍ତି ୬୭,୦୦୦ ବର୍ଷ ପୁରୁଣା ବୋଲି କୁହାଯାଏ । କେତେକଙ୍କ ମତରେ ବଂଶୀର ବୟସ ପାଖାପାଖି ୩୭,୦୦୦ ବର୍ଷ । ତେବେ ସଜ୍ଞା ନିରୂପଣର ଆଞ୍ଚଳିକତା ଓ ତିଆରି ଲାଗୁଥିବା ବସ୍ତୁର ଆପେକ୍ଷିକ ଅସ୍ଥାୟୀ ଅବସ୍ଥା ସକାଶେ ବାଦ୍ୟଯନ୍ତ୍ରର ପ୍ରକୃତ ବୟସ ଆକଳନ କରିବା ସମ୍ଭବପର ହୋଇପାରିନାହିଁ । ଅନେକ ପୁରୁଣା ବାଦ୍ୟଯନ୍ତ୍ର ଜୀବଯନ୍ତୁଙ୍କ ଚମଡ଼ା ଓ ହାଡ଼, କାଠ ଓ ଅନ୍ୟାନ୍ୟ କାଳକ୍ରମେ ନଷ୍ଟ ହୋଇଯାଉଥିବା ବସ୍ତୁରେ ତିଆରି ହେଉଥିଲା ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ଫୁଲ ମଧ୍ୟରେ ଆକର୍ଷଣର କେନ୍ଦ୍ରବିନ୍ଦୁ ଗୋଲାପ । ଗୋଲାପ ହେଉଛି ବର୍ଷବ୍ୟାପୀ ବଞ୍ଚିପାରୁଥିବା ଏକ ଦୀର୍ଘସ୍ଥାୟୀ ପୁଷ୍ପ ଉଦ୍ଭିଦ ।ଏହା ରୋଜା ପ୍ରଜାତିର ଏବଂ ରୋଜାସି ପରିବାର ଅନ୍ତର୍ଭୁକ୍ତ । ୧୦୦ଟି ସମଜାତୀୟ ଗୋଲାପ ବର୍ଗ ମଧ୍ୟରେ କେବଳ ରଙ୍ଗର ଭିନ୍ନତା ଦେଖିବାକୁ ମିଳେ । ରୋଜ୍ର ନାମକରଣ ଫରାସୀ ଭାଷାରୁ ହେଇଛି, ଯାହାକି ମୂଳ ଲାଟିନ୍ ଭାଷାର ରୋଜା ଶବ୍ଦରୁ ଉଦ୍ଭବ ।ରୋଜା ଶବ୍ଦ ଗ୍ରୀକ ଭାଷାର ରୋଡିୟମରୁ ଆସିଥିବାର ଜଣାଯାଏ । ଗୋଲାପର ସୌନ୍ଦର୍ଯ୍ୟ ଓ ସୌରଭ ବିଶ୍ଵର ସବୁଆଡେ ବ୍ୟାପକ ଭାବେ ଆଦୃତି ଲାଭ କରାଇଛି । ଅଧିକାଂଶ ଗୋଲାପର ଉତ୍ପତ୍ତି ଏସିଆରୁ ହୋଇଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ତୁ ମୋରି ପାଇଁ, ୨୦୦୯ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଦିବ୍ୟ ଜ୍ୟୋତି, ଚିତ୍ତରଞ୍ଜନ ପୃଷ୍ଟି ଏବଂ ଅଶୋକ ସାହୁ । ଦିପ୍ତିମୟୀ ମହାନ୍ତି ଏହି କଥାଚିତ୍ରଟିର କାହାଣୀ ଏବଂ ଚିତ୍ରନାଟ୍ୟ ରଚନା କରିଥିଲେ । ପ୍ରଦୀପ ନନ୍ଦ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ଜୟପ୍ରକାଶ ମହାନ୍ତି ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ମେଘଦୂତ ରାଧାନାଥ ରାୟଙ୍କ ରଚିତ ଏକ ଦୀର୍ଘ କବିତା ଅଟେ । ଏହା "ଜନ୍ ବିମ୍ସ୍ ଏସ୍କ୍ଵେର"(John Beames Esquire)ଙ୍କୁ ଉତ୍ସର୍ଗ କରାଯାଇଛି । ସଂପୂର୍ଣ୍ଣ କାବ୍ୟଟି ଦୁଇ ଭାଗରେ ବିଭକ୍ତ ଯଥା: 'ପୂର୍ବ-ମେଘ' ଓ 'ଉତ୍ତର-ମେଘ' । ଉଭୟ ଭାଗରେ କଳହଂସ କେଦାର ରାଗ ବ୍ୟବହାର ହୋଇଛି । ପୂର୍ବ ମେଘ ସଂପୂର୍ଣ୍ଣ ୫୬୪ଟି ଧାଡି ବିଶିଷ୍ଟ ଓ ଉତ୍ତରମେଘ ୪୬୮ଟି ଧାଡି ବିଶିଷ୍ଟ ଅଟେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ଵ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ଵାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା । ସେ ୧୮୨୭-୧୮୬୪ ମସିହା ଜାନୁଆରୀ ୨୩ ତାରଖି ପର୍ଯ୍ୟନ୍ତ ବିଦ୍ରୋହର ବହ୍ନିକୁ ପ୍ରଜ୍ଜ୍ୱଳତି କରି ରଖିଥିଲେ । ସୁରେନ୍ଦ୍ର ସାଏ ୧୮୨୭ରୁ ୧୮୪୦ ପର୍ଯ୍ୟନ୍ତ ୧୩ ବର୍ଷ ଓ ୧୮୫୭ରୁ ୧୮୬୪ ପର୍ଯ୍ୟନ୍ତ ୭ ବର୍ଷ ଏହିପରି ଦୁଇଟି ପର୍ଯ୍ୟାୟରେ ମୋଟରେ ୨୦ ବର୍ଷ ଇଂରେଜ ସରକାରଙ୍କ ବିରୁଦ୍ଧରେ ନିରବଚ୍ଛିନ୍ନ ଭାବରେ ଲଢ଼େଇ କରିଥିଲେ । ପ୍ରଥମ ପର୍ଯ୍ୟାୟରେ ଇଂରେଜମାନଙ୍କ ବିରୁଦ୍ଧରେ ତାଙ୍କର ସଂଗ୍ରାମ ୧୮୨୭-୧୮୪୦ ମସିହା ପର୍ଯ୍ୟନ୍ତ ବିକ୍ଷିପ୍ତ ଏବଂ ସୀମିତ ଥିଲା । କିନ୍ତୁ ଦ୍ୱିତୀୟ ପର୍ଯ୍ୟାୟରେ ଏହା ଅଧିକ ସୁସଙ୍ଗଠିତ, ସୁସଂହତ ତଥା ବୀରତ୍ୱପୂର୍ଣ୍ଣ ଥିଲା । ତାଙ୍କର ଅଦ୍ଭୁତ ସଂଗଠନ ଶକ୍ତି, ଅସୀମ ପରାକ୍ରମ, ଅସାଧାରଣ ରଣକୌଶଳ ବ୍ରିଟିଶ୍ ଶାସକ ଓ ସୈନ୍ୟବାହିନୀକୁ ଆଶ୍ଚର୍ଯ୍ୟାନ୍ୱିତ କରିଥିଲା ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ସେ ଜଗତସିଂହପୁର ଜିଲ୍ଲାର ବାଲିକୁଦାଠାରେ ୨୧ ଜାନୁଆରୀ ୧୯୪୩ ମସିହାରେ ଜନ୍ମ ଗ୍ରହଣ କରିଥିଲେ । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଦେଶର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ଵୀକୃତି ଲାଭ କରିଥିଲା । ଶ୍ରୀମତୀ ରାୟ ତାଙ୍କର ଯାଜ୍ଞସେନୀ (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ । ପରବର୍ତ୍ତୀ ସମୟରେ ଏହା ସାତଟି ଭାଷାରେ ଅନୁବାଦିତ ହୋଇଥିଲା ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଶ୍ରୀ ଅରବିନ୍ଦ (ବଙ୍ଗାଳୀ - শ্রী অরবিন্দ - Sri Ôrobindo) ହେଉଛନ୍ତି ଏକାଧାରରେ ଜଣେ ଯୋଗୀ, ଗୁରୁ, କ୍ରାନ୍ତିକାରୀ, ସ୍ୱାଧୀନତା ସଂଗ୍ରାମୀ, ଦାର୍ଶନିକ ତଥା କବି । ସେ ୧୫ ଅଗଷ୍ଟ ୧୮୭୨ ମସିହାରେ ଇଂରେଜ ଶାସନାଧୀନ ଭାରତର କଲିକତା ନଗରରେ ଭୂମିଷ୍ଠ ହୋଇଥିଲେ । ମାନବ ଜାତିର ପୂର୍ଣାଙ୍ଗ ଅଭ୍ୟୁଦୟ ସମ୍ବନ୍ଧରେ ନିଜର ଦର୍ଶନ ବିକଶିତ ହେବା ଆଗରୁ ସେ ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଯୋଗଦାନ କରି ସେ ଜଣେ ମହାନ ନେତା ହିସାବରେ ପରିଚିତ ହୋଇ ଅଛନ୍ତି। ସେ ସଶସ୍ତ୍ର ସଂଗ୍ରାମରେ ବିଶ୍ୱାସୀ ଥିଲେ । ଶ୍ରୀ ଅରବିନ୍ଦଙ୍କ ଦର୍ଶନର ମୂଳ ତତ୍ୱ ହେଉଛି ସାଧାରଣ ମାନବ ଜୀବନକୁ ଦିବ୍ୟ ଜୀବନରେ ରୂପାନ୍ତରଣ କରିବା । ସେ କହିଛନ୍ତି, ‘ମଣିଷ ହେଉଛି ଏକ ବିକାଶୋନ୍ମୁଖୀ ସତ୍ତା। ସେ ପୂର୍ଣ ବିକଶିତ ନୁହେଁ। ମାନସରୁ ଅତିମାନସ ପର୍ଯ୍ୟନ୍ତ ବିକାଶ ହେଉଛି ବିଶ୍ୱ ଚେତନା ଉତ୍ତରଣର ପରବର୍ତୀ ମାଇଲ ଖୁଣ୍ଟ । ଆଉ ଏହା ଅତି ଆବଶ୍ୟକ କାରଣ ଏହା ହେଉଛି ଅନ୍ତରାତ୍ମାର ମୂଳ ଉଦ୍ଦେଶ୍ୟ ଓ ନୈସର୍ଗିକ ନିୟମ।’ ଏହିପରି ଭାବରେ ଶ୍ରୀ ଅରବିନ୍ଦ ‘ମୁକ୍ତି’କୁ ଏକ ଭିନ୍ନ ରୂପରେ ପ୍ରତି ପାଦନ କରିଛନ୍ତି, ଯାହା ବୈୟକ୍ତିକ ନୁହେଁ ବରଂ ସାମଗ୍ରିକ, ସମ୍ପୂର୍ଣ ମାନବ ସମାଜର ଉତ୍ତରଣରେ ବିଶ୍ୱାସୀ। ପ୍ରାଚ୍ୟ ଓ ପାଶ୍ଚାତ୍ୟ ଦର୍ଶନ, ଧର୍ମ, ସାହିତ୍ୟ ଓ ମନୋବିଜ୍ଞାନର ସମନ୍ୱୟ ଶ୍ରୀ ଅରବିନ୍ଦଙ୍କ ଲେଖାରେ ଦେଖିବାକୁ ମିଳେ। ଶ୍ରୀ ଅରବିନ୍ଦଙ୍କ କୃତି ଭିତରେ ଦର୍ଶନ, କାବ୍ୟ, ବେଦ, ଉପନିଷଦ ଏବଂ ଗୀତା ଆଦିର ଅନୁବାଦ ଓ ଟୀକା, ନାଟକ, ସାମାଜିକ, ରାଜନୈତିକ ଓ ଐତିହାସିକ ସମାଲୋଚନା, ଆଧ୍ୟାତ୍ମିକ ଲେଖା, ପତ୍ର ପତ୍ରିକା ଓ ପତ୍ରାବଳୀ ଆଦି ଅନ୍ତର୍ଭୁକ୍ତ। ତାଙ୍କର ସାହିତ୍ୟିକ ସୃଷ୍ଟି ଦର୍ଶନ, କାବ୍ୟ ଓ ନାଟକୀୟତାରେ ଏକ ମଧୁର ସମନ୍ୱୟରେ ସୁଗଠିତ ଯାହା କିଞ୍ଚିତ୍ ଜଟିଳ, ଓ ସହଜରେ ବୋଧଗମ୍ୟ ନୁହେଁ। ତାଙ୍କର କତିପୟ ରଚନା ବଳି ନିମ୍ନରେ ପ୍ରଦତ୍ତ ହେଲା। ଦ ଲାଇଫ ଡିଭାଇନ The Life Divine (1940), ଦ ହ୍ୟୁମାନ ସାଇକଲ The Human Cycle (1949), ଦ ଆଇଡିଆଲ ଅଫ ହ୍ୟୁମାନ ୟୁନିଟି The Ideal of Human Unity (1949), ଅନ ଦି ବେଦ On the Veda (1956), କଲେକ୍ଟେଡ ପଏମସ ଏଣ୍ଡ ପ୍ଲେଜCollected Poems and Plays (1942), ଏସେଜ ଅନ ଦି ଗୀତାEssays on the Gita (1928), ଦ ସିନ୍ଥେସିସ ଅନ ଯୋଗ The Synthesis of Yoga (1948), and ସାବିତ୍ରୀ : ଏ ଲିଜେଣ୍ଡ ଏଣ୍ଡ ଏ ସିମ୍ବଲ Savitri: A Legend and a Symbol (1950).
ଉଇକିପିଡ଼ିଆ' (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା ୱେବକୁ ନେଇ ତିଆରି ମିଳିତ ବହୁଭାଷୀ ଜ୍ଞାନକୋଷ । ଏହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ପରିଚାଳିତ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର ଉଇକିଆଳିଙ୍କଦ୍ୱାରା ସମ୍ପାଦିତ । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦେଇ ବଦଳାଯାଇପାରିବ । ଉଇକିପିଡ଼ିଆ ୨୦୦୧ ମସିହାରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦେଇ ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ । ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r
ଭୁବନେଶ୍ଵର ଭୁବନେଶ୍ଵର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ଵର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ଵର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ଵାରା ବିଶେଷ ଆଦୃତ ହୋଇଅଛି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ତାରିଣୀ ମନ୍ଦିର ଓଡ଼ିଶାର କେନ୍ଦୁଝର ଜିଲ୍ଲାର ଘଟଗାଁରେ ଥିବା ଏକ ଠାକୁରାଣୀ ମନ୍ଦିର । ଏଠାକାର ଅଧିଷ୍ଠାତ୍ରୀ ଦେବୀ ତାରିଣୀ । ପ୍ରବାଦରେ ଅଛି ଘଟଗାଁଠାରେ ଥିବା ମା ତାରିଣୀ ମନ୍ଦିରକୁ ୧୪୮୦ ମସିହାରେ କେନ୍ଦୁଝରର ତତ୍କାଳୀନ ରାଜା ଗୋବିନ୍ଦ ଭଞ୍ଜଦେଓ ନିର୍ମାଣ କରେଇଥିଲେ । ପୁରୀର ତତ୍କାଳୀନ ଗଜପତି ମହାରାଜାଙ୍କ ଆଦେଶକ୍ରମେ ମା ତାରିଣୀ ନୂଆ ମନ୍ଦିର ଘଟଗାଁଠାରେ ଶକ୍ତିପୀଠ ଭାବରେ ସ୍ଥାପିତ ହେଇପାରିଥିଲା । ମା ତାରିଣୀଙ୍କଠାରେ ମନାସିକ କାଲେ ତାହା ନିଶ୍ଚୟ ପୂରଣ ହୁଏ ବୋଲି ଭକ୍ତଙ୍କ ବିଶ୍ବାସ ଥାଏ ।
ଉଇକିଡାଟା ସମ୍ମିଳିତ ଭାବେ ପ୍ରସ୍ତୁତ ବଦଳଯୋଗ୍ୟ ଏକ ଜ୍ଞାନ ଭଣ୍ଡାର ଯାହା ଉଇକିମିଡ଼ିଆ ସଂସ୍ଥାଦ୍ଵାରା ପରିଚାଳିତ ହେଉଅଛି । ଏହାର ଲକ୍ଷ୍ୟ ହେଉଛି କେତେକ ତଥ୍ୟ ନେଇ ଗୋଟିଏ ସାଧାରଣ ସ୍ରୋତ ତିଆରି କରିବା ଯାହା ଉଇକିମିଡ଼ିଆର ପରିକଳ୍ପନା ଯେପରି ଉଇକିପିଡ଼ିଆରେ ବ୍ୟବହୃଉତ ହେଇପାରିବ । ଉଇକିଡାଟା ଉଇକିକମନ୍ସ ଭଳି ଏକ ଉଇକିମିଡ଼ିଆ ପ୍ରକଳ୍ପ । ଉଇକିକମନ୍ସ୍ ଯେପରି ଛବି, ଭିଡିଓ, ଓ ଅନ୍ୟାନ୍ୟ ମିଡ଼ିଆ ଫାଇଲ୍ ପାଇଁ ଷ୍ଟୋରେଜ ପ୍ରଦାନ କରେ ସେହିପରି ଉଇକିଡାଟା କେତେକ ତଥ୍ୟ ପାଇଁ ଷ୍ଟୋରେଜ୍ ପ୍ରଦାନ କରେ । ଉଇକିଡାଟା ଉଇକିବେସ୍ଦ୍ଵାରା ତାର ସାମର୍ଥ୍ୟ ପାଇଛି ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ଵରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଓଡ଼ିଆ ଭାଗବତ ଜଗନ୍ନାଥ ଦାସଙ୍କ ରଚିତ ଓଡ଼ିଆ ଭାଷାର ଏକ ପୁରାତନ ସାହିତ୍ୟିକ ପୁରାଣ କୃତି । ଏହା ୧୪ଶ ଶତାବ୍ଦୀରେ ରଚିତ ।, ଭାଗବତ ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ଏହି ପୋଥିମାନଙ୍କୁ ଏକାଠି କରି ତାହାକୁ ଛପା ବହି ଆକାରରେ ପ୍ରକାଶ କରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଟୁଙ୍ଗି ଓ ଭାଗବତ ଗାଦି/ଭାଗବତ ଗୋସାଇଁ ଆଦି ସାମୁହିକ ଭାଗବତ ପାଠ ପାଇଁ ରହିଥିଲା । ଜଗନ୍ନାଥଙ୍କ ପାଖେ ମଧ୍ୟ ଭାଗବତ ପଢ଼ାଯାଏ । ଏହା ଆଗ କାଳରେ ଭାଗବତ ଟୁଙ୍ଗି ମାନଙ୍କରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ହେତୁ ଏହା ଓଡ଼ିଆ ଘର ମାନଙ୍କରେ ବୋଲାଯାଇଥାଏ । ଭାଗବତ ପ୍ରତି ଓଡ଼ିଆ ଘରେ ସନ୍ତାନ ଜନ୍ମ ହେବା ଏନ୍ତୁଡ଼ିଶାଳରେ, ମୁମୂର୍ଷର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ, ମହାମାରୀ, ହଇଜା ଓ ଗ୍ରାମର ଅନିଷ୍ଟ ଆଶଙ୍କା ଭୟରେ ଭାଗବତ ପାଠ କରାଯାଉଥିଲା ।
ପ୍ରଯୁକ୍ତି ବିଦ୍ୟା ବା ଟେକ୍ନୋଲୋଜି ଶବ୍ଦଟି ପ୍ରାଚୀନ ଗ୍ରୀକ ଶବ୍ଦାଦ୍ଵୟ τέχνη, techne, "କଳା, କୌଶଳ, ହାତର ଚମତ୍କାରିତା"; ଏବଂ -λογία, -logia "ଅଧ୍ୟୟନ"ରୁ ଅସିଛି । ଏହା ବ୍ୟବହାରିକ ବିଜ୍ଞାନକୁ ସୁଚାଇଥାଏ । କୌଣସି ସମସ୍ୟାର ସମାଧାନ, ପୂର୍ବରୁ ପ୍ରଚଳିତ ସମାଧାନର ଉନ୍ନତି କିମ୍ବା ଜୀବନ ଧାରଣ ମାନରେ ଉନ୍ନତି ପାଇଁ କୌଣସି ଏକ ଯନ୍ତ୍ର, ଉପକରଣ, କଳା କିମ୍ବା କୌଶଳର ଗଠନ, ପରିବର୍ତ୍ତନ, ବ୍ୟବହାର ଓ ଜ୍ଞନ ଆହରଣକୁ ଆମେ ପ୍ରଯୁକ୍ତି ବିଦ୍ୟା କହିଥାଉ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଗୋଟିଏ ସ୍ଵାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ଵାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ଵ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ଦୁର୍ଗା ପୂଜା ହିନ୍ଦୁଧର୍ମାବଲମ୍ବୀମାନଙ୍କର ତଥା ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହି ପର୍ବର ଶେଷ ଦିନଟିକୁ ଦଶହରା ବା ବିଜୟା ଦଶମୀ ନାମରେ ପରିଚିତ । ଦୁର୍ଗା ପୂଜା ଶକ୍ତି ଉପାସନାର ପର୍ବ । ଏହା ବିଭିନ୍ନ କୁଳାଚାର ମତେ ଷୋଳଦିନ, ନଅଦିନ ବା ତିନିଦିନ ଧରି ପାଳିତ ହୁଏ । ମୁଖ୍ୟତଃ ଶରତ ଋତୁର ଆଶ୍ଵିନ ଶୁକ୍ଲପକ୍ଷ ପ୍ରତିପଦ ଠାରୁ ନବମୀ ବିଶେଷଭାବେ ଦେବୀଙ୍କ ପୂଜନର ପ୍ରକୃଷ୍ଟ ସମୟ ହୋଇଥିଲେ ହେଁ ଚୈତ୍ର ଶୁକ୍ଲ ପକ୍ଷରେ ମଧ୍ୟ ଏହା ବାସନ୍ତୀ ନବରାତ୍ର ରୂପେ ପାଳନ କରାଯାଇଥାଏ । ଦେବୀ ପୁରାଣ ଓ କାଳିକା ପୁରାଣରେ ଦୁର୍ଗାପୂଜାକୁ ଶାରଦୀୟ ପାର୍ବଣ କୁହାଯାଉଥିବା ବେଳେ ମାର୍କଣ୍ଡେୟ ପୁରାଣରେ ବାର୍ଷିକୀ ଶାରଦ ପୂଜନ କୁହାଯାଏ । ଦେବୀ ଦୁର୍ଗା ଦୁଃଖନାଶିନୀ।ନବରାତ୍ରୀରେ ଦୁର୍ଗାଙ୍କୁ ଶ୍ରଦ୍ଧାର ସହ ପୂଜା କଲେ ଉପାସକ ନବଶକ୍ତି ପ୍ରାପ୍ତ ହେଇଥାନ୍ତି । ଶାରଦୀୟ ନବରାତ୍ରୀ କାଳରେ ବ୍ରହ୍ମାଣ୍ଡର ସମସ୍ତ ଗ୍ରହ ସକ୍ରିୟ ଥିବାରୁ ଶକ୍ତି ଉପାସକଙ୍କର କୈଣସି ଅନିଷ୍ଟ ହୁଏନାହିଁ । ଦୁର୍ଗାଙ୍କର ଏହି ନବଶକ୍ତି ଜାଗ୍ରତ କରିବା ପାଇଁ ନବାର୍ଣ୍ଣ ବା ନବାକ୍ଷରୀ ମନ୍ତ୍ର ଜପ କରିବା ପାଇଁ ପରାମର୍ଶ ଦିଆଯାଇଛି । ନବର ଅର୍ଥ ନଅ ଓ ଅର୍ଣର ଅର୍ଥ ଅକ୍ଷର । ନବାର୍ଣ୍ଣ ମନ୍ତ୍ରଟି ହେଉଛି - ଐଂ ହ୍ଲୀଂ କ୍ଲୀଂ ଚାମୁଣ୍ଡାୟୈ ବିଚ୍ଚେ।ଏହି ମନ୍ତ୍ରର ପ୍ରତ୍ୟେକ ଅକ୍ଷର ଦୁର୍ଗାଙ୍କ ଗୋଟିଏ ଗୋଟିଏ ଶକ୍ତିର ପରିଚାୟକ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ଲେଖା ଚାଲିଛି... ସାଲମୋନେଲୋସିସ (ଇଂରାଜୀ ଭାଷାରେ Salmonellosis) ଏକ ଲକ୍ଷଣଯୁକ୍ତ ସଂକ୍ରମଣ (symptomatic infection) ଯାହା ସାଲମୋନେଲା (Salmonella) ନାମକ ଏକ ଜୀବାଣୁଦ୍ୱାରା ସଂଘଟିତ ହୁଏ । ଏହି ରୋଗରେ ସାଧାରଣତଃ ତରଳ ଝାଡ଼ା, ଜ୍ୱର, ଉଦର କ୍ରାମ୍ପ (abdominal cramps) ଓ ବାନ୍ତି (vomiting) ହୁଏ । ଜୀବାଣୁ ସଂସ୍ପର୍ଶରେ ଆସିବାର ଅଧା ଦିନରୁ ତିନି ଦିନ ମଧ୍ୟରେ ଲକ୍ଷଣ ଆରମ୍ଭ ହୋଇ ୪ ରୁ ୭ଦିନ ପର୍ଯ୍ୟନ୍ତ ରହେ । ବେଳେ ବେଳେ ନିର୍ଜଳନ (dehydration) ମଧ୍ୟ ହୋଇପାରେ.
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ଲକ୍ଷ୍ମଣ ନାୟକ (୨୨ ନଭେମ୍ବର ୧୮୯୯ - ୨୯ ମାର୍ଚ୍ଚ ୧୯୪୩) ଓଡ଼ିଶାର ଜଣେ ଅଗ୍ରଣି ସ୍ଵାଧୀନତା ସଂଗ୍ରାମୀ । ଆଦିବାସୀ ପାଇଁ ସେ ମାଲକାନାଗିରିର ଗାନ୍ଧି ଭାବେ ପ୍ରସିଦ୍ଧ ଥିଲେ । ଲକ୍ଷ୍ମଣ ନାୟକ ୧୮୯୯ ମସିହା ନଭେମ୍ବର ୨୨ ତାରିଖରେ କୋରାପୁଟ ଜିଲ୍ଲା (ବର୍ତ୍ତମାନର ମାଲକାନଗିରି ଜିଲ୍ଲା)ର ତେନ୍ତୁଲିଗୁମ୍ମା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଲକ୍ଷ୍ମଣ ଥିଲେ ଦ୍ୱିତୀୟ ସନ୍ତାନ, ବଡଭାଇ ସନିଆ ଓ ସାନଭାଇ ଧନ ଭୁମିୟା । ତାଙ୍କ ପିତା ପଦଲମ ନାୟକ ଜାତିରେ ବୀର ଭୁମିୟା ଓ ଚାଷ ଥିଲା ଜୀବିକା । ଗ୍ରାମବାସୀଙ୍କ ମନୋନୟନ ଅନୁଯାୟୀ ତାଙ୍କୁ କୋରାପୁଟ ରାଜା ତୃତୀୟ ବିକ୍ରମଦେବ (ରାଜଗାଦୀ ୧୮୮୯ରୁ ୧୯୨୦ ) ମୁସ୍ତାଦାର ବା ନାୟକ ପଦର ନିୟୁକ୍ତ କରିଥିଲେ । ଦାୟିତ୍ୱ ଥିଲା ତେନ୍ତୁଲିଗୁମା,ବେଜୁଣୀଗୁଡା,ଲେକିଗୁଡା, ଅଅଁଳାଗୁଡାର ଖଜଣା ଆଦାୟ ।
ସମୁଦ୍ର ହେଉଛି ଲୁଣିଆ ପାଣିର ସମନ୍ୱୟ, ଯାହାକି ସ୍ଥଳଭାଗଦ୍ୱାରା ସମ୍ପୂର୍ଣ୍ଣ ଭାବେ କିମ୍ବା ଆଂଶିକ ଭାବେ ଆବଦ୍ଧ ହୋଇଥାଏ । ପୃଥିବୀର ପାଣିପାଗ, ଅଙ୍ଗାରକ ଚକ୍ର, ଯବକ୍ଷାରଯାନ ଓ ଜଳ ଚକ୍ରକୁ ସନ୍ତୁଳିତ ରଖିବାରେ ସମୁଦ୍ରର ଭୂମିକା ରାହିଅଛି । ପୃଥିବୀର ଏହି ସମୁଦ୍ରକୁ ପାଞ୍ଚଟି ମହାସାଗରରେ ବିଭକ୍ତ କରାଯାଇଛି । ସେଗୁଡିକ ହେଉଛି, ପ୍ରଶାନ୍ତ ମହାସାଗର, ଭାରତ ମହାସାଗର, ଆଟ୍ଲାଣ୍ଟିକ ମହାସାଗର, ଆରବ ମହାସାଗର, ଦକ୍ଷିଣ ମହାସାଗର ।
ଓଡ଼ିଶାର ବିଧାନ ସଭା ନିର୍ବାଚନ ମଣ୍ଡଳୀ ତାଲିକା
ଓଡ଼ିଶାର ୧୪୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀ ଓ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ସଭ୍ୟମାନଙ୍କ ତାଲିକା ।
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯)
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯) ୨୦୧୫ରେ ପ୍ରକାଶିତ ଏକ ଓଡ଼ିଆ ବହି । ଏଥିରେ ୧୯୩୬ରୁ ୧୯୬୯ ଭିତରେ ମୁକ୍ତିଲାଭ କରିଥିବା ଓଡ଼ିଆ ସିନେମା ସଂଗୀତ ସଂକଳିତ । ଏହା ସାମ୍ବାଦିକ ଓ ଓଡ଼ିଆ ଚଳଚ୍ଚିତ୍ର ସଂରକ୍ଷକ ସୂର୍ଯ୍ୟ ଦେଓଙ୍କଦ୍ୱାରା ସଂକଳିତ । ଏଥିରେ ଚଳଚ୍ଚିତ୍ର ସମ୍ପୂର୍ଣ୍ଣ ସଙ୍ଗୀତ ସହ ସେସବୁର ବିବରଣୀ, ସଂଗୀତକାର ଓ ଗୀତିକାରଙ୍କ ସମ୍ବନ୍ଧରେ ସଂକ୍ଷିପ୍ତ ପରିଚୟ ଏବଂ ଚଳଚ୍ଚିତ୍ର ସଙ୍ଗୀତର ପରଦା ପଛର କାହାଣୀ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱର ସ୍ଥିତ ସୃଜନଦ୍ୱାରା ୨୦୧୫ ମସିହାରେ ମେ ୨୩ ତାରିଖରେ ପ୍ରଥମେ ପ୍ରକାଶିତ ହୋଇଥିଲା । ଏଥିରେ ମନୋଜ ଦାସ, ମାୟାଧର ମାନସିଂହ, ଗୋଦାବରୀଶ ମହାପାତ୍ର, କୃଷ୍ଣପ୍ରସାଦ ବସୁ ଆଦି ଓଡ଼ିଆ ଲେଖକଙ୍କ ରଚନା ସ୍ଥାନୀତ ହୋଇଥିବା ଗୀତ ରହିଛି ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।