ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ବାଟ ଓଷା ବା ଦାଣ୍ଡ ପହଁରା ଓଷା ପୌଷମାସ କୃଷ୍ଣ ଦ୍ଵିତୀୟା ତିଥିରେ ପାଳନ କରାଯାଏ । ଏହି ଓଷା ଯମରାଜାଙ୍କ ଉଦ୍ଦେଶ୍ୟରେ ପାଳନ କରାଯାଏ । ପ୍ରତ୍ୟେକ ମାଆମାନେ ନିଜ ପୁତ୍ରମାନେ ଦୀର୍ଘାୟୁ ହେବା ନିମନ୍ତେ ରାତିରେ ଉପବାସ ରହି ବଜ୍ରମୂଳି ଗଛରେ ଦାଣ୍ଡ ପହଁରି ନିଜ ନିଜର ପୁତ୍ରମାନଙ୍କୁ ଝାଡ଼ିଥାନ୍ତି । ଇନ୍ଦ୍ରଙ୍କର ଅମୋଘ ଅସ୍ତ୍ର ହେଉଛି ବଜ୍ର । ସେଥିପାଇଁ ପ୍ରବାଦ ଅଛି-ମାତାମାନେ ନିଜ ସନ୍ତାନର ଦୀର୍ଘଜୀବନ କାମନା କରି ଓଷା ମଣ୍ଡପର ଚତୁର୍ପାଶ୍ଵକୁ ବଜ୍ରମୂଳିରେ ପହଁରିବା ପରେ ସେଥିରେ ସନ୍ତାନମାନଙ୍କୁ ଝାଡ଼ିଥାନ୍ତି । ପୌରାଣିକ ମତେ ମୃତ୍ୟୁର ଦେବତା ଯମ ଅତ୍ୟନ୍ତ କଠୋର ଓ ମର୍ମତୁଦ, ସେ ପ୍ରାଣୀର କର୍ମ ଅନୁସାରେ, ମୃତ୍ୟୁପରେ ଦଣ୍ଡବିଧାନ କରନ୍ତି । ଗରମ ତେଲ କଢ଼େଇରେ ପକାଇବା, ତାହାର ଚକ୍ଷୁ ଓ କର୍ଣ୍ଣରେ ଗରମ ତେଲ ପକାଇବା; ଅସତୀ ଦୋଚାରୁଣୀମାନଙ୍କୁ ଶିମିଳି ଗଛରେ ଟାଙ୍ଗିବା ସହ ବିଛା, କଙ୍କଡା, ନାଗମାନଙ୍କଦ୍ଵାରା ଅନେକ ଯନ୍ତ୍ରଣା ଦିଅନ୍ତି । ଏସବୁ ଯନ୍ତ୍ରଣାରୁ ରକ୍ଷା କରିବା ଏବଂ ଯମଙ୍କୁ ପ୍ରସନ୍ନ କରିବା ଉଦ୍ଦେଶ୍ୟରେ ବାଟ ଓଷା ବା ଦାଣ୍ଡ ପହଁରା ଓଷାର ସୃଷ୍ଟି । ଏହା ଏକ କୃଷିଭିତ୍ତିକ ପର୍ବ ହୋଇଥିବାରୁ, ନୂଆ ଧାନ କୁଟି ମଣ୍ଡାପିଠା, ମୁଢି, ଖଇ, ମୁଆଁ, ଚୁଡା, କଦଳୀ, ମୂଳା, ଆଖୁ, କରମଙ୍ଗା, କନ୍ଦମୂଳ, ତୁଷ ଓ କୁଣ୍ଡା ଆଦି ନୈବେଦ୍ୟ କରାଯାଏ । ଗାଁ ଦାଣ୍ଡ ବା ବନସ୍ତରେ ଗାତ ଖୋଳାଯାଇ, ଗୋଟିଏ ପାତ୍ରରେ ସିନ୍ଦୂରରେ ଯମଙ୍କ ପ୍ରତିମା ସ୍ଥାପନ ପୂର୍ବକ ମାତାମାନେ ଚାରିପଟେ ଚାଙ୍ଗୁଡା ଧରି, ବଜ୍ରମୂଳି ଉପରେ ରଖି କପଡ଼ା ଢାଙ୍କି ବସନ୍ତି ଏବଂ ଯମ ଦେବତାଙ୍କୁ ଷୋଡ଼ଶୋପଚାରରେ ବ୍ରାହ୍ମଣଙ୍କଦ୍ଵାରା ପୂଜାର୍ଚ୍ଚନା କରନ୍ତି । ତାହା ପରେ ମାତାମାନେ ନିଜ ସନ୍ତାନମାନଙ୍କର ଦୀର୍ଘଜୀବନ କାମନା କରି ଯମଙ୍କୁ ସ୍ମରଣ କରିଥାନ୍ତି ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯)
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯) ୨୦୧୫ରେ ପ୍ରକାଶିତ ଏକ ଓଡ଼ିଆ ବହି । ଏଥିରେ ୧୯୩୬ରୁ ୧୯୬୯ ଭିତରେ ମୁକ୍ତିଲାଭ କରିଥିବା ଓଡ଼ିଆ ସିନେମା ସଂଗୀତ ସଂକଳିତ । ଏହା ସାମ୍ବାଦିକ ଓ ଓଡ଼ିଆ ଚଳଚ୍ଚିତ୍ର ସଂରକ୍ଷକ ସୂର୍ଯ୍ୟ ଦେଓଙ୍କଦ୍ୱାରା ସଂକଳିତ । ଏଥିରେ ଚଳଚ୍ଚିତ୍ର ସମ୍ପୂର୍ଣ୍ଣ ସଙ୍ଗୀତ ସହ ସେସବୁର ବିବରଣୀ, ସଂଗୀତକାର ଓ ଗୀତିକାରଙ୍କ ସମ୍ବନ୍ଧରେ ସଂକ୍ଷିପ୍ତ ପରିଚୟ ଏବଂ ଚଳଚ୍ଚିତ୍ର ସଙ୍ଗୀତର ପରଦା ପଛର କାହାଣୀ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱର ସ୍ଥିତ ସୃଜନଦ୍ୱାରା ୨୦୧୫ ମସିହାରେ ମେ ୨୩ ତାରିଖରେ ପ୍ରଥମେ ପ୍ରକାଶିତ ହୋଇଥିଲା । ଏଥିରେ ମନୋଜ ଦାସ, ମାୟାଧର ମାନସିଂହ, ଗୋଦାବରୀଶ ମହାପାତ୍ର, କୃଷ୍ଣପ୍ରସାଦ ବସୁ ଆଦି ଓଡ଼ିଆ ଲେଖକଙ୍କ ରଚନା ସ୍ଥାନୀତ ହୋଇଥିବା ଗୀତ ରହିଛି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ବୃକକ ବା କିଡନୀ ମାନବ ଶରୀରରେ ଥିବା ନିଷ୍କାସନ ବିଭାଗର ଦୁଇଟି ଅଙ୍ଗ, ଦେଖିବାକୁ ଶିମ୍ବ ମଞ୍ଜି ଭଳି ଓ ଆକାର ମୁଠା ହୋଇଥିବା ହାତ ଭଳି । ଅଣ୍ଟା ପାଖରେ ପେଟ ଭିତରେ ମେରୁ ଅସ୍ଥି ଦୁଇ ପଟରେ ପେରିଟୋନିଅମ ପଛ ପାଖରେ ଦୁଇଟି କିଡନୀ ଥାଏ । ବାମ କିଡନି ଅପେକ୍ଷା ଡାହାଣ କିଡନୀ ସାମାନ୍ୟ ତଳକୁ ଥାଏ ଓ ବାମ କିଡନି ମେରୁ ଅସ୍ଥିର ଅଧିକ ପାଖକୁ ଥାଏ । ପ୍ରତ୍ୟେକ କିଡନୀକୁ ଗୋଟିଏ ‘କିଡନୀ ଧମନୀ’ ପ୍ରବେଶ କରେ ଓ ଗୋଟିଏ ‘କିଡନୀ ଶିରା’ ବାହାରେ । କିଡନୀରୁ ଗୋଟିଏ ନଳୀ ବାହାରେ ଯାହାକୁ ୟୂରେଟର କହନ୍ତି । ଏହି ୟୂରେଟର ମଧ୍ୟ ଦେଇ କିଡନୀରୁ ପରିସ୍ରା ବାହାରି ମୂତ୍ରାଶୟରେ ଜମା ହୁଏ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ଵ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ଵାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା । ସେ ୧୮୨୭-୧୮୬୪ ମସିହା ଜାନୁଆରୀ ୨୩ ତାରଖି ପର୍ଯ୍ୟନ୍ତ ବିଦ୍ରୋହର ବହ୍ନିକୁ ପ୍ରଜ୍ଜ୍ୱଳତି କରି ରଖିଥିଲେ । ସୁରେନ୍ଦ୍ର ସାଏ ୧୮୨୭ରୁ ୧୮୪୦ ପର୍ଯ୍ୟନ୍ତ ୧୩ ବର୍ଷ ଓ ୧୮୫୭ରୁ ୧୮୬୪ ପର୍ଯ୍ୟନ୍ତ ୭ ବର୍ଷ ଏହିପରି ଦୁଇଟି ପର୍ଯ୍ୟାୟରେ ମୋଟରେ ୨୦ ବର୍ଷ ଇଂରେଜ ସରକାରଙ୍କ ବିରୁଦ୍ଧରେ ନିରବଚ୍ଛିନ୍ନ ଭାବରେ ଲଢ଼େଇ କରିଥିଲେ । ପ୍ରଥମ ପର୍ଯ୍ୟାୟରେ ଇଂରେଜମାନଙ୍କ ବିରୁଦ୍ଧରେ ତାଙ୍କର ସଂଗ୍ରାମ ୧୮୨୭-୧୮୪୦ ମସିହା ପର୍ଯ୍ୟନ୍ତ ବିକ୍ଷିପ୍ତ ଏବଂ ସୀମିତ ଥିଲା । କିନ୍ତୁ ଦ୍ୱିତୀୟ ପର୍ଯ୍ୟାୟରେ ଏହା ଅଧିକ ସୁସଙ୍ଗଠିତ, ସୁସଂହତ ତଥା ବୀରତ୍ୱପୂର୍ଣ୍ଣ ଥିଲା । ତାଙ୍କର ଅଦ୍ଭୁତ ସଂଗଠନ ଶକ୍ତି, ଅସୀମ ପରାକ୍ରମ, ଅସାଧାରଣ ରଣକୌଶଳ ବ୍ରିଟିଶ୍ ଶାସକ ଓ ସୈନ୍ୟବାହିନୀକୁ ଆଶ୍ଚର୍ଯ୍ୟାନ୍ୱିତ କରିଥିଲା ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ । ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଆଲଫ୍ରେଡ ବର୍ଣ୍ଣାର୍ଡ ନୋବେଲ (ସ୍ୱେଡିସ ଉଚ୍ଚାରଣ: [ˈɑlfred noˈbɛl]) ହେଉଛନ୍ତି ଜଣେ ସ୍ୱେଡିସ ରସାୟନଶାସ୍ତ୍ରୀ, ଯନ୍ତ୍ରୀ ତଥା ଅସ୍ତ୍ରଶସ୍ତ୍ର ନିର୍ମାଣକାରୀ । ସେ ବୋଫୋର୍ସ କମ୍ପାନୀର ପୂର୍ବତନ ମାଲିକଥିଲେ । ତାଙ୍କର ୩୫୦ରୁ ଅଧିକ ପ୍ୟାଟେଣ୍ଟ ରହିଛି ସେଥିମଧ୍ୟରୁ ଡିନାମାଇଟ୍ ହେଉଛି ସବୁଠାରୁ ପରିଚିତ ଉଦ୍ଭାବନ। ସେ ତାଙ୍କ ଜୀବନକାଳରେ ଆୟର ଅଧିକାଂଶ ନୋବେଲ ଏକାଡେମୀ ଗଠନରେ ଲଗାଇଦେଇଥିଲେ। ଆଧୁନିକ କମ୍ପାନୀ ଡାଇନାମାଇଟ ନୋବେଲ ଓ ଆକ୍ଜୋ ନୋବେଲ ହେଉଛନ୍ତି ନୋବେଲ ପ୍ରତିଷ୍ଠା କରିଥିବା କମ୍ପାନୀର ବଂଶଜ।
ବର୍ଷା ପ୍ରିୟଦର୍ଶିନୀ (ଜନ୍ମ: ୭ ଅଗଷ୍ଟ ୨୯୮୪) ଜଣେ ଓଡ଼ିଆ କଥାଚିତ୍ର ଅଭିନେତ୍ରୀ । ସେ ଓଡ଼ିଆ ଚଳଚ୍ଚିତ୍ର ସହିତ କିଛି ବଙ୍ଗଳା ଚଳଚ୍ଚିତ୍ରରେ ମଧ୍ୟ ଅଭିନୟ କରିଛନ୍ତି । ୨୦୦୩ ମସିହାରେ ସେ ଉତ୍ତମ ମହାନ୍ତି ଏବଂ ମିଥୁନ ଚକ୍ରବର୍ତ୍ତୀ ଅଭିନୀତ ଓଡ଼ିଆ କଥାଚିତ୍ର ଏ ଯୁଗର କୃଷ୍ଣ ସୁଦାମା ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ ସେ ସାବତ ମାଆ, ବାଜି, ତୁ ମୋ ଆଖିର ତାରା, ଟୋପାଏ ସିନ୍ଦୁର ଦି ଟୋପା ଲୁହ, ତୋତେ ମୋ ରାଣ, ଥ୍ୟାଙ୍କ୍ ୟୁ ଭଗବାନ ଭଳି ସଫଳ ଓଡ଼ିଆ କଥାଚିତ୍ରରେ ଅଭିନୟ କରିଥିଲେ । ୨୦୦୮ ମସିହାରେ ସେ ବଙ୍ଗଳା ଚଳଚ୍ଚିତ୍ର ଜୋର୍ ଜରିଆରେ ବଙ୍ଗଳା କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଗୋଲ୍ମାଲ୍, ଲଭ୍ ଷ୍ଟୋରୀ, ବାଳିକା ବଧୂ, ଟକ୍କର, ହସି ଖୁସି କ୍ଲବ୍, ଟୁପୁରୁ ଟୁପୁର ବ୍ରିଷ୍ଟି ପଡ଼େ, ଅଚେନା ପ୍ରେମ୍ ଭଳି ବଙ୍ଗଳା କଥାଚିତ୍ରରେ ସେ ଅଭିନୟ କରିଛନ୍ତି ।
ବେଦ ହିନ୍ଦୁ ଧର୍ମର ମୁଖ୍ୟ ଧର୍ମଗ୍ରନ୍ଥ ଏବଂ ସଂହିତା,ବ୍ରାହ୍ମଣଭାଗ,ଆରଣ୍ୟକ,ଉପନିଷଦ,ବେଦାଙ୍ଗ,ଉପବେଦର ସମୂହକୁ ବୁଝାଇଥାଏ । ଋଷିମାନେ ଏହକୁ ଶୁଣିକରି ମନେରଖୁଥିବାରୁ ଏହାର ଅନ୍ୟନାମ ଶ୍ରୁତି,ଏହି ବେଦ ପରମ୍ପରାକୁ ମାନୁଥିବା ସନାତନହିନ୍ଦୁ ଧର୍ମୀଙ୍କୁ ଶ୍ରୌତୀ ବା ଶ୍ରୋତ୍ରୀୟ କୁହଯାଏ । ପ୍ରତ୍ୟେକ ବେଦର ନିଜସ୍ଵ ସଂହିତା,ବ୍ରାହ୍ମଣ,ଉପନିଷଦ,ଆରଣ୍ୟକ,ବେଦାଙ୍ଗ ଓ ଉପବେଦ ରହିଛି ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ଵାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
କାନ୍ଦଣା ଗୀତ ବା ବାହୁନା ଗୀତ ଓଡ଼ିଆ ବାହାଘରର ବିଭିନ୍ନ ସମୟରେ ଘରର ପ୍ରତ୍ୟେକ ସଦସ୍ୟଙ୍କୁ ଧରି କନିଆଁଦ୍ୱାରା ବୋଲାଯାଉଥିବା ରୋଦନ ସଙ୍ଗୀତ । ଏହି କାନ୍ଦଣା ଆଶୁକବିତା ଉପରେ ଆଧାରିତ । ଝିଅ ନିଜ ପରିବେଶରେ ଦେଖୁଥିବା ଘଟଣା ଓ ଶାଶୂଘର ସମ୍ବନ୍ଧରେ ଯାହା ଶୁଣିଥାଏ ତାହାକୁ ଆଧାର କରି ଗୀତ ବୋଲି ପ୍ରକାଶ କରିଥାଏ । ବାହାଘର ଆଅଗରୁ ଝିଅ ଶାଶୂଘର ବାବଦରେ କିଛି ଜାଣିନଥିବା ବେଳେ ଲାଜ ହେତୁ ସେ ନିଜର ସ୍ୱାମୀ ଓ ଶାଶୂଘର ପରିବାରର ଆଉ କାହା ବିଷୟରେ କିଛି ପଚାରିବାର ସୁଯୋଗ ପାଇନଥାଏ । ଅଜଣା ପରିବେଶରେ ନୂଆ ଲୋକଙ୍କ ସହିତ କିପରି ଚଳିବ ତାହା ଝିଅଟି କାନ୍ଦଣା ବୋଲି ଜଣାଇଥାଏ । ବାହୁନିବା ପ୍ରସଙ୍ଗରେ ଝିଅମାନେ ପୌରାଣିକ ଆଖ୍ୟାୟିକାମାନ ମଧ୍ୟ ବୋଲିଥାନ୍ତି । ପରିବାରର ବୟୋଜ୍ୟୋଷ୍ଠା ନାରୀମାନେ ଝିଅମାନଙ୍କୁ ଏହି ବାହୁନା ଶିଖାଇଥାନ୍ତି । ଏକବିଂଶ ଶତାବ୍ଦୀ ବେଳକୁ ଏହି ପରମ୍ପରା ଧୀରେ ଧୀରେ ଲୋପ ପାଇବା ଆରମ୍ଭ କରିଥିଲା।
ବିର୍ସା ମୁଣ୍ଡା ଭାରତର ଜଣେ ଦେଶପ୍ରେମୀ ସଂଗ୍ରାମୀ ଭାବରେ ଇତିହାସରେ ବିଖ୍ୟାତ। ଊନବିଂଶ ଶତାବ୍ଦୀରେ ଭାରତରେ ଇଂରେଜ ଶାସନ କାଳରେ ବିର୍ସା ବିହାର ଓ ଝାଡ଼ଖଣ୍ଡ ଅଞ୍ଚଳର ସ୍ଵାଧୀନତା ସଂଗ୍ରାମୀ ମାନଙ୍କୁ ଏକାଠି କରି ଏକ ବଡ ଧରଣର ବିପ୍ଲବ ଆରମ୍ଭ କରିଥିଲେ । ୨୫ ବର୍ଷ ବୟସର ହେବା ବେଳକୁ ଭାରତର ସ୍ୱାଧୀନତା ସଂଗ୍ରାମର ଇତିହାସରେ ସେ ଏକ ନୂତନ ଫର୍ଦ୍ଦ ଯୋଡ଼ିସାରିଥିଲେ । ସେ ନିଜ ଗାଁ ଏବଂ ଆଖପାଖ ଅଞ୍ଚଳର ଯୁବକ ମାନଙ୍କୁ ଇଂରେଜ ସରକାରଙ୍କ ବିରୋଧରେ ଲଢ଼ିବାକୁ ସଂଗଠିତ କରିପାରିଥିଲେ।
ଚନ୍ଦ୍ରଶେଖର ରଥ (ଜନ୍ମ ୧୭ ଅକ୍ଟୋବର ୧୯୨୯) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ଜଣାଶୁଣା ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି। ଚନ୍ଦ୍ରଶେଖର ରଥ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନିତ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ମାନବ ଇମ୍ମ୍ୟୁନାଭାବ ଭୁତାଣୁ ସଂକ୍ରମଣ ଓ ଅର୍ଜିତ ଇମ୍ମ୍ୟୁନାଭାବ ସିଣ୍ଡ୍ରୋମ (HIV and AIDS) ଏକ ବିସ୍ତୃତ ଶ୍ରେଣୀର ଭୁତାଣୁ ଜନିତ ସଂକ୍ରମଣ ଯାହା ମାନବ ଇମ୍ମ୍ୟୁନାଭାବ ଭୁତାଣୁଦ୍ଵାରା ହୁଏ । ରୋଗ ଆରମ୍ଭ ସମୟରେ ଲକ୍ଷଣ ଜଣାଯାଇ ନ ପାରେ ବା ସାମାନ୍ୟ ଇନ୍ଫ୍ଲୁଏଞ୍ଜା ରୋଗ ଭଳି ଲକ୍ଷଣ ପ୍ରକାଶ ପାଏ । ଏହା ପଶ୍ଚାତ ବହୁତ ଦିନ ଧରି କୌଣସି ଲକ୍ଷଣ ଦେଖାଯାଏ ନାହିଁ । ସମୟକ୍ରମେ ଇମ୍ମ୍ୟୁନିଟି ବିଭାଗକୁ ଦୁର୍ବଳ କରିଦେବା ଫଳରେ ଯକ୍ଷ୍ମା ତଥା ଅନ୍ୟାନ୍ୟ ସଂକ୍ରମଣ ଓ ଅର୍ବୁଦ ଦେଖାଯାଏ ଯାହା ଇମ୍ମ୍ୟୁନିଟି ଥିବା ଲୋକଙ୍କଠାରେ ଦେଖାଯାଏ ନାହିଁ । ବିଳମ୍ବିତ ଲକ୍ଷଣ ବାହାରିଲେ ଏଡସ୍ କୁହାଯାଏ । ଏହି ସମୟରେ ଓଜନ ହ୍ରାସ ହୁଏ ।
ଯକ୍ଷ୍ମା (ଟିବି) ଏକ ସଂକ୍ରମକ ରୋଗ ଯାହା ମାଇକୋବ୍ୟାକ୍ଟେରମ ଟ୍ୟୁବରକ୍ୟୁଲୋସିସଦ୍ୱାରା (MTB) ହୁଏ । ଯକ୍ଷ୍ମା ସାଧାରଣତଃ ଫୁସଫୁସକୁ ଆକ୍ରମଣ କଲେ ମଧ୍ୟ ଶରୀରର ଯେ କୌଣସି ଅଙ୍ଗରେ ଏହାଦ୍ୱାରା ରୋଗ ହୋଇପାରେ । ଅଧିକାଂଶ ସଂକ୍ରମଣରେ କୌଣସି ଲକ୍ଷଣ ହେଉ ନ ଥିବାରୁ ତାହାକୁ ପ୍ରଛନ୍ନ ଯକ୍ଷ୍ମା ଓ ଇଂରାଜୀ ଭାଷାରେ ଲେଟେଣ୍ଟ ଟ୍ୟୁବରକୁଲୋସିସ (latent tuberculosis) କୁହାଯାଏ । ଏହି ପ୍ରଛନ୍ନ ଯକ୍ଷ୍ମା ମଧ୍ୟରୁ ପ୍ରାୟ ୧୦% ସଂକ୍ରମଣ ସକ୍ରିୟ ରୋଗରେ ପରିଣତ ହୁଏ ଯାହାକୁ ଚିକିତ୍ସା ନ କଲେ ସେଥିରୁ ଅଧେ ଲୋକ ମୃତ୍ୟୁ ବରଣ କରନ୍ତି । ସକ୍ରିୟ ଫୁସଫୁସ ଯକ୍ଷ୍ମା ରୋଗରେ କ୍ରନିକ ବା ଦୀର୍ଘକାଳୀନ କାଶ ସହିତ ରକ୍ତ ମିଶ୍ରିତ ଖଙ୍କାର ପଡ଼େ, ଜ୍ୱର, ରାତ୍ରୀ ସ୍ୱେଦ ନିର୍ଗତ ଓ ଓଜନ ହ୍ରାସ ହୁଏ । ଓଜନ ହ୍ରାସ ହେଉଥିବାରୁ ଏହାକୁ କ୍ଷୟ ରୋଗ ନାମ ଦିଆଯାଇଥିଲା । ବିଭିନ୍ନ ଅଙ୍ଗର ସଂକ୍ରମଣରେ ଭିନ୍ନ ଭିନ୍ନ ପ୍ରକାର ଲକ୍ଷଣ ପ୍ରକାଶ ପାଏ ।
ଦେବୁ ବୋଷ ଓଡ଼ିଶାରେ ଜନ୍ମଗ୍ରହଣ କରିଥିବା ଓଡ଼ିଆ କଥାଚିତ୍ର ଜଗତ ଜଣେ ଅଭିନେତା । ତପସ୍ୟା କଥାଚିତ୍ରରୁ, ସେ ଓଡ଼ିଆ ସିନେମାରେ ଅଭିନୟ କରିବା ଆରମ୍ଭ କରିଥିଲେ । ଅଭିନୟ ବ୍ୟତିତ, ସେ ନୃତ୍ୟ କ୍ଷେତ୍ରରେ ମଧ୍ୟ ନିପୂଣ । ଗୁରୁ କେଳୁଚରଣ ମହାପାତ୍ରଙ୍କଠାରୁ ନୃତ୍ୟ ଶିକ୍ଷାଗ୍ରହଣ କରିଥିବା, ଦେବୁ ଓଡ଼ିଆ ସିନେମାରେ ନୃତ୍ୟ ନିର୍ଦ୍ଦେଶନା ମଧ୍ୟ ଦେଇଛନ୍ତି । ଚଳଚ୍ଚିତ୍ର ବ୍ୟତିତ, ଦେବୁ ବୋଷ 'ଦିଗନ୍ତ' ନାମକ ନାଟ୍ୟ ଅନୁଷ୍ଠାନ ସହିତ ଜଡ଼ିତ ରହି ବହୁ ନାଟକରେ ଅଭିନେତା ଓ ନିର୍ଦ୍ଦେଶକ ମଧ୍ୟ ସାଜିଛନ୍ତି ।
ପ୍ରଯୁକ୍ତି ବିଦ୍ୟା ବା ଟେକ୍ନୋଲୋଜି ଶବ୍ଦଟି ପ୍ରାଚୀନ ଗ୍ରୀକ ଶବ୍ଦାଦ୍ଵୟ τέχνη, techne, "କଳା, କୌଶଳ, ହାତର ଚମତ୍କାରିତା"; ଏବଂ -λογία, -logia "ଅଧ୍ୟୟନ"ରୁ ଅସିଛି । ଏହା ବ୍ୟବହାରିକ ବିଜ୍ଞାନକୁ ସୁଚାଇଥାଏ । କୌଣସି ସମସ୍ୟାର ସମାଧାନ, ପୂର୍ବରୁ ପ୍ରଚଳିତ ସମାଧାନର ଉନ୍ନତି କିମ୍ବା ଜୀବନ ଧାରଣ ମାନରେ ଉନ୍ନତି ପାଇଁ କୌଣସି ଏକ ଯନ୍ତ୍ର, ଉପକରଣ, କଳା କିମ୍ବା କୌଶଳର ଗଠନ, ପରିବର୍ତ୍ତନ, ବ୍ୟବହାର ଓ ଜ୍ଞନ ଆହରଣକୁ ଆମେ ପ୍ରଯୁକ୍ତି ବିଦ୍ୟା କହିଥାଉ ।