ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ତୋ'ର ମୋ'ର ଯୋଡ଼ି ସୁନ୍ଦର, ୨୦୧୦ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଅଧିରାଜ ପାଣିଗ୍ରାହୀ । ଦେବୁ ପଟ୍ଟନାୟକ ଏହି କଥାଚିତ୍ରଟିର କାହାଣୀ ଓ ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ । ସୁବୋଧ ପଟ୍ଟନାୟକ ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ଏବଂ ସଂଳାପ ରଚନା କରିଥିଲେ । ଶାନ୍ତିରାଜ ଖୋସ୍ଲା ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ସାହିତ୍ୟ ଭାରତୀ କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକା ଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଶିଶୁ କନ୍ୟାକୁ ବଞ୍ଚାଅ, ଝିଅକୁ ପଢ଼ାଅ (Beti Bachao, Beti Padhao)(BBBP) ଭାରତ ସରକାରଙ୍କ ଏକ ଯୋଜନା ଯାହାର ଲକ୍ଷ୍ୟ ହେଉଛି ଶିଶୁ କନ୍ୟାର ସୁରକ୍ଷା ପାଇଁ ସଚେତନତା ସୃଷ୍ଟି, ମହିଳାଙ୍କ କାର୍ଯ୍ୟଦକ୍ଷତା ଏବଂ ସାମଗ୍ରିକ ଅଭିବୃଦ୍ଧି । ନରେନ୍ଦ୍ର ମୋଦୀ ୨୨ ଜାନୁଆରୀ ୨୦୧୫ରେ ହରିଆଣାର ପାନିପଥଠାରେ ଏହି ଯୋଜନାର ଉଦ୍ଘାଟନ କରିଛନ୍ତି । ଏହି କାର୍ଯ୍ୟକ୍ରମର ପ୍ରାରମ୍ଭିକ କର୍ପସ ପାଣ୍ଠି ହେଉଛି ୧୦୦ କୋଟି ।
ସରୋଜ ନନ୍ଦ (୧୮ ମଇ ୧୯୫୯ - ୦୫ ଡିସେମ୍ବର ୨୦୦୦), ଜଣେ ଓଡ଼ିଆ ସଙ୍ଗୀତ ନିର୍ଦ୍ଦେଶକ ଥିଲେ । "ବାଟରେ ଚାଲୁ ଚାଲୁ","ତୁ ଚାଲି ଯିବୁ ତୋ ଶାଶୁଘର","ମୁଁ ତ ବଡ଼ ଦେଉଳର ପାରା","ଶହେ ଆଠ ବେଲ ପତର" ଓ "କେରିକେରି ସୁନା ଦୁବ" ଆଦି ଗୀତରେ ସେ ସଙ୍ଗୀତ ନିର୍ଦ୍ଦେଶନା କରିଥିଲେ । ଓଡ଼ିଆ ସିନେମା ଓ ଆଲବମ ବ୍ୟତିତ ସେ ହିନ୍ଦୀ, ମରାଠୀ ଓ ଛତିଶଗଡ଼ୀ ଗୀତରେ ମଧ୍ୟ ସଙ୍ଗୀତ ନିର୍ଦ୍ଦେଶନା କରିଥିଲେ ।
ଓଡ଼ିଆ ଭାଗବତ ଜଗନ୍ନାଥ ଦାସଙ୍କ ରଚିତ ଓଡ଼ିଆ ଭାଷାର ଏକ ପୁରାତନ ସାହିତ୍ୟିକ ପୁରାଣ କୃତି । ଏହା ୧୪ଶ ଶତାବ୍ଦୀରେ ରଚିତ ।, ଭାଗବତ ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ଏହି ପୋଥିମାନଙ୍କୁ ଏକାଠି କରି ତାହାକୁ ଛପା ବହି ଆକାରରେ ପ୍ରକାଶ କରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଟୁଙ୍ଗି ଓ ଭାଗବତ ଗାଦି/ଭାଗବତ ଗୋସାଇଁ ଆଦି ସାମୁହିକ ଭାଗବତ ପାଠ ପାଇଁ ରହିଥିଲା । ଜଗନ୍ନାଥଙ୍କ ପାଖେ ମଧ୍ୟ ଭାଗବତ ପଢ଼ାଯାଏ । ଏହା ଆଗ କାଳରେ ଭାଗବତ ଟୁଙ୍ଗି ମାନଙ୍କରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ହେତୁ ଏହା ଓଡ଼ିଆ ଘର ମାନଙ୍କରେ ବୋଲାଯାଇଥାଏ । ଭାଗବତ ପ୍ରତି ଓଡ଼ିଆ ଘରେ ସନ୍ତାନ ଜନ୍ମ ହେବା ଏନ୍ତୁଡ଼ିଶାଳରେ, ମୁମୂର୍ଷର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ, ମହାମାରୀ, ହଇଜା ଓ ଗ୍ରାମର ଅନିଷ୍ଟ ଆଶଙ୍କା ଭୟରେ ଭାଗବତ ପାଠ କରାଯାଉଥିଲା ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି । ଗଣିତଜ୍ଞମାନେ ତର୍କ ସାହାଯ୍ୟରେ ସମସ୍ୟା ସମାଧାନ କରିଥାନ୍ତି । ଗଣିତଜ୍ଞମାନେ ଅନେକ ସମୟରେ ଅପସାରଣ ପଦ୍ଧତି ଅବଲମ୍ବନ କରନ୍ତି । ଉପଲବ୍ଧ ସତ୍ୟର ବ୍ୟବହାର କରି ନୂତନ ସତ୍ୟ ଆବିଷ୍କାର କରିବାର ବିଶେଷ ଉପାୟ ହେଉଛି ଅପସାରଣ । ଜଣେ ଗଣିତଜ୍ଞ ପାଇଁ, ଗୋଟିଏ ସତ୍ୟ ଓ ତାହାର କାରଣର ସତ୍ୟତା ଉଭୟ ଜରୁରୀ । ଅପସାରଣ ପଦ୍ଧତି ଅନ୍ୟ ଚିନ୍ତା ଓ ଗାଣିତିକ ଚିନ୍ତା ମଧ୍ୟରେ ପାର୍ଥକ୍ୟ ସୃଷ୍ଟି କରେ । ଗଣିତଜ୍ଞମାନେ ବିଭିନ୍ନ ବିଷୟରେ ସମାନତା ଅନୁଧ୍ୟାନ କରି ନୂତନ ସୂତ୍ର ସ୍ଥାପନ କରନ୍ତି । ଗାଣିତିକ ପ୍ରମାଣଦ୍ୱାରା ସେଗୁଡ଼ିକର ସତ୍ୟାସତ୍ୟ ନିର୍ଣୟ କରାଯାଏ । ଗାଣିତିକ ସମସ୍ୟାର ସମାଧାନ ପାଇଁ ବର୍ଷବର୍ଷ ଏପରିକି ଶତାବ୍ଦୀ ମଧ୍ୟ ବିତିଯାଏ । ଉନବିଂଶ ଶତାବ୍ଦୀରେ ଗିସେପ୍ପେ ପିନୋ (୧୮୫୮-୧୯୩୨), ଡେଭିଡ୍ ହିଲ୍ବର୍ଟ୍ (୧୮୬୨-୧୯୪୩) ଆଦିଙ୍କ ଉଲ୍ଲେଖନୀୟ କାର୍ଯ୍ୟ ପରେ, ପୂର୍ବପ୍ରମାଣିତ ସୂତ୍ରଦ୍ୱାରା ନୂତନ ସୂତ୍ରପାତ କରିବା ପ୍ରଥା ପ୍ରଚଳିତ ହୋଇଛି । ବାସ୍ତବ ପରିସ୍ଥିତିର ସଠିକ ଗାଣିତିକ ସୂତ୍ର ନିରୂପଣ ହେଲା ପରେ, ଗାଣିତିକ ତର୍କଦ୍ୱାରା ତାହାର ପୂର୍ବାନୁମାନ କରାଯାଇପାରେ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ବଳରାମ ଦାସ ଓଡ଼ିଶାରେ ଜନ୍ମିତ ଓଡ଼ିଆ ଭାଷାର କବି ଥିଲେ । ସେ ଓଡ଼ିଆରେ ପୁରାଣ ଓ ଭକ୍ତିମୂଳକ କାବ୍ୟକବିତା ରଚନା କରିୟାଇଛନ୍ତି । ତାହାଙ୍କ ରଚିତ ଓଡ଼ିଆ ରାମାୟଣ ତହିଁ ମଧ୍ୟରୁ ଅନ୍ୟତମ । ବଳରାମ ଦାସଙ୍କର ଜନ୍ମବର୍ଷ ୧୪୮୪ ବୋଲି ଅନୁମାନ କରାଯାଇଥାଏ l ତାଙ୍କ ବାପାଙ୍କ ନାମ ଶ୍ରୀ ସୋମନାଥ ମହାପାତ୍ର ଓ ମାଆଙ୍କ ନାମ ମନୋମାୟା ବା ମହାମାୟା l ସୋମନାଥ ପ୍ରତାପରୁଦ୍ରଦେବଙ୍କ ଶାସନକାଳରେ ଜଣେ ମନ୍ତ୍ରୀରୂପେ ନିଯୁକ୍ତ ଥିଲେ । ବଳରାମ ଦାସ ପୁରୀ ଶ୍ରୀକ୍ଷେତ୍ରରେ ଅବସ୍ଥାନ କରୁଥିଲେ ବୋଲି ଉଲ୍ଲେଖ ରହିଥିଲେ ମଧ୍ୟ କଟକ ଜିଲ୍ଲାର ଯାଜପୁର ତାଙ୍କର ପ୍ରକୂତ ଜନ୍ମସ୍ଥାନ ଥିଲା ବୋଲି ଆଉ ଗୋଟିଏ ମତ ମଧ୍ୟରହିଛି । ଶ୍ରୀ ଚୈତନ୍ୟ ପୁରୀକୁ ଆସିବା ସମୟକୁ ବଳରାମ ପୁରୀକୁ ଆସିସାରିଥିଲେ ଓ ଓଡ଼ିଆ ରାମାୟଣ(ଜଗମୋହନ ରାମାୟଣ)ର ରଚନା କରିସାରିଥିଲେ l
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ପ୍ରଯୁକ୍ତି ବିଦ୍ୟା ବା ଟେକ୍ନୋଲୋଜି ଶବ୍ଦଟି ପ୍ରାଚୀନ ଗ୍ରୀକ ଶବ୍ଦାଦ୍ଵୟ τέχνη, techne, "କଳା, କୌଶଳ, ହାତର ଚମତ୍କାରିତା"; ଏବଂ -λογία, -logia "ଅଧ୍ୟୟନ"ରୁ ଅସିଛି । ଏହା ବ୍ୟବହାରିକ ବିଜ୍ଞାନକୁ ସୁଚାଇଥାଏ । କୌଣସି ସମସ୍ୟାର ସମାଧାନ, ପୂର୍ବରୁ ପ୍ରଚଳିତ ସମାଧାନର ଉନ୍ନତି କିମ୍ବା ଜୀବନ ଧାରଣ ମାନରେ ଉନ୍ନତି ପାଇଁ କୌଣସି ଏକ ଯନ୍ତ୍ର, ଉପକରଣ, କଳା କିମ୍ବା କୌଶଳର ଗଠନ, ପରିବର୍ତ୍ତନ, ବ୍ୟବହାର ଓ ଜ୍ଞନ ଆହରଣକୁ ଆମେ ପ୍ରଯୁକ୍ତି ବିଦ୍ୟା କହିଥାଉ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ଗୋଟିଏ ସ୍ଵାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ଵାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ଵ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ଗଜପତି ମହାରାଜ ପଦ୍ମନାଭ ନାରାୟଣ ଦେବ (୧୮୭୨-୧୯୦୪) ପାରଳାଖେମୁଣ୍ଡିର ପୂର୍ବତନ ମହାରାଜା ଥିଲେ । ସମ୍ବନ୍ଧରେ ମହାରାଜ କୃଷ୍ଣଚନ୍ଦ୍ର ଗଜପତିଙ୍କ ମାମୁଁ ଥିଲେ । ସେ ଜଣେ ସିଦ୍ଧହସ୍ତ ନାଟ୍ୟକାର ହେବା ସଙ୍ଗେ ସଙ୍ଗେ ଅନେକ ଚଉପଦୀ ଓ ଜଣାଣ ମଧ୍ୟ ରଚନା କରିଥିଲେ । ଓଡ଼ିଆ, ହିନ୍ଦୀ, ଇଂରାଜୀ ଓ ତେଲୁଗୁ ଏହି ଚାରୋଟି ଭାଷାରେ ପାରଙ୍ଗମ ଥିଲେ । ଗୀତ ସ୍ତବକ, ରାଧାଗୋବିନ୍ଦ ଜଣାଣ ନାମକ ଗ୍ରନ୍ଥଗୁଡ଼ିକର ଲେଖକ । ତାଙ୍କରି ଯୋଗୁଁ ପାରଳାର ଗଜପତି ପ୍ରେସ ଓ ପଦ୍ମନାଭ ରଙ୍ଗାଳୟ (ପରେ ଗୌରଚନ୍ଦ୍ରଙ୍କ ଦେବଙ୍କ ଦ୍ୱାରା ପଦ୍ମନାଭଙ୍କ ସ୍ମୃତିରେ) ସ୍ଥାପିତ ହୋଇଥିଲା । ପାରଳାଖେମୁଣ୍ଡିରେ ଓଡ଼ିଶୀ ସଙ୍ଗୀତର ଉନ୍ନତି ପାଇଁ ଏହାଙ୍କର ଅନେକ ଅବଦାନ ରହିଛି ।
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯)
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯) ୨୦୧୫ରେ ପ୍ରକାଶିତ ଏକ ଓଡ଼ିଆ ବହି । ଏଥିରେ ୧୯୩୬ରୁ ୧୯୬୯ ଭିତରେ ମୁକ୍ତିଲାଭ କରିଥିବା ଓଡ଼ିଆ ସିନେମା ସଂଗୀତ ସଂକଳିତ । ଏହା ସାମ୍ବାଦିକ ଓ ଓଡ଼ିଆ ଚଳଚ୍ଚିତ୍ର ସଂରକ୍ଷକ ସୂର୍ଯ୍ୟ ଦେଓଙ୍କଦ୍ୱାରା ସଂକଳିତ । ଏଥିରେ ଚଳଚ୍ଚିତ୍ର ସମ୍ପୂର୍ଣ୍ଣ ସଙ୍ଗୀତ ସହ ସେସବୁର ବିବରଣୀ, ସଂଗୀତକାର ଓ ଗୀତିକାରଙ୍କ ସମ୍ବନ୍ଧରେ ସଂକ୍ଷିପ୍ତ ପରିଚୟ ଏବଂ ଚଳଚ୍ଚିତ୍ର ସଙ୍ଗୀତର ପରଦା ପଛର କାହାଣୀ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱର ସ୍ଥିତ ସୃଜନଦ୍ୱାରା ୨୦୧୫ ମସିହାରେ ମେ ୨୩ ତାରିଖରେ ପ୍ରଥମେ ପ୍ରକାଶିତ ହୋଇଥିଲା । ଏଥିରେ ମନୋଜ ଦାସ, ମାୟାଧର ମାନସିଂହ, ଗୋଦାବରୀଶ ମହାପାତ୍ର, କୃଷ୍ଣପ୍ରସାଦ ବସୁ ଆଦି ଓଡ଼ିଆ ଲେଖକଙ୍କ ରଚନା ସ୍ଥାନୀତ ହୋଇଥିବା ଗୀତ ରହିଛି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ସୁଇଜରଲ୍ୟାଣ୍ଡ / ସ୍ଵିଜରଲ୍ୟାଣ୍ଡ ବା ସ୍ଵିସ୍ ସଂଘରାଜ୍ୟ ଇଉରୋପର ଏକ ସଂଘୀୟ ଗଣତାନ୍ତ୍ରିକ ଦେଶ । ସ୍ଵିଜରଲ୍ୟାଣ୍ଡ ଦେଶ ୨୬ଟି ସଂଘରାଜ୍ୟ ବା କ୍ୟାଣ୍ଟନରେ ବିଭକ୍ତ ଓ ବର୍ନ୍ (ଈଂରାଜୀରେ Bern) ଏହି ଦେଶର ରାଜଧାନୀ । ପଶ୍ଚିମ ଇଉରୋପର କେନ୍ଦ୍ରରେ ସ୍ଵିଜରଲ୍ୟାଣ୍ଡ ଅବସ୍ଥିତ । ସ୍ଵିଜରଲ୍ୟାଣ୍ଡକୁ ଦକ୍ଷିଣ ପଟେ ଇଟାଲି, ପଶ୍ଚିମ ପଟେ ଫ୍ରାଂସ୍, ଉତ୍ତର ପଟେ ଜର୍ମାନୀ ଓ ପୂର୍ବପଟେ ଅଷ୍ଟ୍ରିଆ ଏବଂ ଲିଖଟେନଷ୍ଟାଇନ୍ ଘେରି ରହିଛନ୍ତି । ଚାରିପଟୁ ସ୍ଥଳଭାଗଦ୍ଵାରା ପରିବେଷ୍ଟ ଏହି ଦେଶର କ୍ଷେତ୍ରଫଳ ପ୍ରାୟ ୪୧୨୮୫ ବର୍ଗ କିଲୋମିଟର୍ (୧୫୯୪୦ ବର୍ଗ ମାଇଲ୍) । ଭୌଗୋଳିକ ଦୃଷ୍ଟିକୋଣରୁ ଏହାର ଭୂଭାଗ ଆଲ୍ପସ୍ ପର୍ବତଶ୍ରେଣୀ, ସ୍ଵିସ୍ ଉଚ୍ଚ-ସମଭୂମି ଓ ଜୁରା ପର୍ବତାଞ୍ଚଳଦ୍ଵାରା ଶୋଭିତ । ଆଲ୍ପସ୍ ପର୍ବତଶ୍ରେଣୀ ଏହି ଦେଶର ଅଧିକାଂଶ ଭାଗ ଅଧିକାର କରିଥିବା ବେଳେ ଏହାର ଉଚ୍ଚ ସମତଳ ଭୂମିରେ ପ୍ରାୟ ୮୦ ଲକ୍ଷ ସ୍ଵିସ୍ (ଈଂରାଜୀରେ Swiss) ନାଗରିକ ବସବାସ କରିଥାନ୍ତି । ଏହି ଉଚ୍ଚ ସମତଳ ଭୂମିରେ ଅନେକ ପ୍ରମୁଖ ନଗର ଗଢ଼ି ଉଠିଛି । ବିଶ୍ଵ ଅର୍ଥନୀତିର ପ୍ରମୁଖ କେନ୍ଦ୍ର ଭାବେ ପରିଗଣିତ ଜୁରିକ୍ ଓ ଜେନିଭା ତନ୍ମଧ୍ୟରୁ ଅନ୍ୟତମ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ । ତଥ୍ୟ ପୃଷ୍ଠାରେ ଯୋଡାଯାଇଥିବା ହାଇପରଲିଙ୍କ ଗୁଡିକ ବ୍ୟବହାରକାରୀକୁ ସହଜରେ ଅନ୍ୟ ଏକ ଇଣ୍ଟର୍ନେଟ ପୃଷ୍ଠାକୁ ଯିବାରେ ସାହାଯ୍ୟ କରିଥାଏ । ବର୍ତ୍ତମାନ ବିଶ୍ଵରେ କେତେକ ଲୋକପ୍ରିୟ ବ୍ରାଉଜର ହେଉଛନ୍ତି ଫାୟାର ଫକ୍ସ , ଗୁଗୁଲ , ଅପେରା , ସଫାରି ଇତ୍ୟାଦି ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ମୋଗଲ ସାମ୍ରାଜ୍ୟ(୧୫୨୬-୧୮୫୭) ଏକ ମୁସଲମାନ୍ ତୁର୍କୀ-ମଙ୍ଗୋଲ୍ ସାମ୍ରାଜ୍ୟ ଥିଲା, ଯାହ ୧୫୨୬ରେ ଆରମ୍ଭ ହୋଇଥିଲା । ଯାହା ୧୫୨୬ ଖ୍ରୀ:ଅରେ ଆରମ୍ଭ ହୋଇ ୧୭୦୦ ଶତବ୍ଦୀ ଶେଷ ଓ ୧୮୦୦ଶତବ୍ଦୀ ଆରମ୍ଭ ପର୍ଯ୍ୟନ୍ତ ଭାରତୀୟ ଉପମହାଦ୍ଵୀପରେ ଶାସନ କରି ୧୯୦୦ ଶତବ୍ଦୀ ମଧ୍ୟ ଆଡକୁ ଶେଷ ହୋଇଥିଲା । ଏହି ସମୟରେ ଭାରତୀୟ ଉପମହାଦେଶର ଅଧିକାଂଶ ଭାଗକୁ ନିୟନ୍ତ୍ରଣାଧୀନ କରି ପୂର୍ବରେ ଆଧୁନିକ ବଙ୍ଗଳାଦେଶ ଠାରୁ ଆରମ୍ଭ କରି ପଶ୍ଚିମରେ ବଲୁଚିସ୍ତାନ ଓ ଉତ୍ତରରେ କାଶ୍ମୀର ଠାରୁ ଆରମ୍ଭ କରି ଦକ୍ଷିଣରେ କାବେରୀ ଘାଟି ପର୍ଯ୍ୟନ୍ତ ନିଜ ସାମ୍ରାଜ୍ୟ ବିସ୍ତାର କରିଥିଲେ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଅପୂର୍ବ ସାହସିକତା ଓ ବୁଦ୍ଧିମତା ପ୍ରଦର୍ଶନ କରିଥିବା ପିଲାଙ୍କୁ ସେମାନଙ୍କ ସାହସର ପୁରସ୍କାର ସ୍ଵରୂପ ୧୯୫୭ ମସିହାରୁ ଜାତୀୟ ସାହସିକତା ମମ୍ମାନରେ ସମ୍ମାନିତ କରାଯାଇ ଆସୁଅଛି ପ୍ରତିବର୍ଷ ଭାରତ ସରକାର ଓ ଇଣ୍ଡିଆନ କାଉନ୍ସିଲ ଫର ଚାଇଲ୍ଡ ୱେଲଫେୟାର (ଆଇ ସି ସି ଡବ୍ଲ୍ୟୁ) ପକ୍ଷରୁ ମିଳିତ ଭାବେ ସାହସୀ ଭାରତୀୟ ପିଲାମାନଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଆସୁଅଛି ପ୍ରତିବର୍ଷ ପ୍ରାୟ ୨୪ଜଣ, ୧୬ବର୍ଷ ବୟସରୁ କମ ପିଲାଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଥାଏ ସେମାନଙ୍କ ମଧ୍ୟରୁ ଦୁଇଜଣଙ୍କୁ ସଞ୍ଜୟ ଚୋପ୍ରା ଓ ଗୀତା ଚୋପ୍ରା ସମ୍ମାନ ପ୍ରଦାନ କରାଯାଇଥାଏ ଏହି ଦୁଇଟି ସମ୍ମାନ ୧୯୭୮ରୁ ପ୍ରଦାନ କରାଯାଇ ଆସୁଅଛି ସେମାନଙ୍କ ଅପହରଣକାରୀଙ୍କ ବିରୋଧରେ ଲଢ଼ି ଜୀବନ ଦେଇଥିବା ଚୋପ୍ରା ଭାଇଭଉଣୀଙ୍କ ସ୍ମୃତିରେ ଏହି ପୁରସ୍କାର ଦୁଇଟି ପ୍ରଦାନ କରାଯାଇଥାଏ ଏହି ବିଭାଗର ସର୍ବୋଚ୍ଚ ସମ୍ମାନ ହେଉଛି ଭାରତ ସମ୍ମାନ (୧୯୮୭ରୁ ପ୍ରଦତ୍ତ) ଓ ବାପୁ ଗୟାଧାନୀ ସମ୍ମାନ (୧୯୮୮ରୁ ପ୍ରଦତ୍ତ) ଏହି ସମ୍ମାନ ସର୍ବୋଚ୍ଚ ସାମରିକ ସମ୍ମାନ (ଚକ୍ର ସମ୍ମାନ) ସହିତ ସମାନ
ହୃତ୍ପିଣ୍ଡ ହେଉଛି ସମସ୍ତ ମେରୁଦଣ୍ଡୀ ପ୍ରାଣୀଙ୍କ ଶରୀରରେ ଥିବା ଏକ ମାଂସଳ ଅଙ୍ଗ ଯାହା ମାନବ ଓ ଅନ୍ୟ ପଶୁମାନଙ୍କ ଦେହରେ ଥାଏ ଓ ରକ୍ତ ସଞ୍ଚାଳନ ପ୍ରଣାଳୀରେ ଥିବା ରକ୍ତନଳୀ ଭିତରକୁ ରକ୍ତ ପମ୍ପ କରେ । ରକ୍ତ ଶରୀରକୁ ଅମ୍ଳଜାନ ଓ ପୋଷକ (nutrients) ଯୋଗାଏ ତଥା ବିପାକ ଜନିତ ବର୍ଜ୍ୟବସ୍ତୁ ନିଷ୍କାସନରେ ସାହାଯ୍ୟ କରେ । ଛାତିର ମେଡିଆସ୍ଟାଇନମ୍ର ମଧ୍ୟ କୋଠରୀରେ ଏହା ଅବସ୍ଥିତ । ଅତି ଶକ୍ତ ମାଂସପେଶୀରେ ଗଠିତ ଏହି ଅଙ୍ଗର ଆକାର ହାତମୁଠା ପରି । ଏହା ନିୟମିତ ସଙ୍କୁଚିତ ଓ ପ୍ରସାରିତ ହୋଇ ଶରୀରରେ ରକ୍ତ ସଞ୍ଚାଳନ କରେ ।
ଦେବୁ ବୋଷ ଓଡ଼ିଶାରେ ଜନ୍ମଗ୍ରହଣ କରିଥିବା ଓଡ଼ିଆ କଥାଚିତ୍ର ଜଗତ ଜଣେ ଅଭିନେତା । ତପସ୍ୟା କଥାଚିତ୍ରରୁ, ସେ ଓଡ଼ିଆ ସିନେମାରେ ଅଭିନୟ କରିବା ଆରମ୍ଭ କରିଥିଲେ । ଅଭିନୟ ବ୍ୟତିତ, ସେ ନୃତ୍ୟ କ୍ଷେତ୍ରରେ ମଧ୍ୟ ନିପୂଣ । ଗୁରୁ କେଳୁଚରଣ ମହାପାତ୍ରଙ୍କଠାରୁ ନୃତ୍ୟ ଶିକ୍ଷାଗ୍ରହଣ କରିଥିବା, ଦେବୁ ଓଡ଼ିଆ ସିନେମାରେ ନୃତ୍ୟ ନିର୍ଦ୍ଦେଶନା ମଧ୍ୟ ଦେଇଛନ୍ତି । ଚଳଚ୍ଚିତ୍ର ବ୍ୟତିତ, ଦେବୁ ବୋଷ 'ଦିଗନ୍ତ' ନାମକ ନାଟ୍ୟ ଅନୁଷ୍ଠାନ ସହିତ ଜଡ଼ିତ ରହି ବହୁ ନାଟକରେ ଅଭିନେତା ଓ ନିର୍ଦ୍ଦେଶକ ମଧ୍ୟ ସାଜିଛନ୍ତି ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଚିନ୍ତାମଣିଶ୍ୱର ଶିବ ମନ୍ଦିର ଏକ ହିନ୍ଦୁ ମନ୍ଦିର ଯାହା ଭଗବାନ ଶିବଙ୍କୁ ସମର୍ପିତ କରାଯାଇଛି । ଏହା ଭାରତରେ ଭୁବନେଶ୍ୱର, ତଥା ଓଡ଼ିଶାର ରାଜଧାନୀରେ ଅବସ୍ଥିତ । ଏହା ପୁରୁଣା ଷ୍ଟେସନ ବଜ଼ାର ନିକଟସ୍ଥ କଟକ-ପୁରୀ ରୋଡ ଠାରୁ ଖୁବ ଅଳ୍ପ ଦୂରତାରେ ଚିନ୍ତାମଣିଶ୍ୱର ରୋଡରେ ସ୍ଥାପିତ । ମନ୍ଦିରର ମୁଖ ପଶ୍ଚିମ ଦିଗରେ କରାଯାଇଛି ଏବଂ ଏହାର ନିହିତ ଦେବତା ଶିବ ଲିଙ୍ଗଙ୍କ ସହିତ ଯୋନୀପୀଠ ଅଟେ ।
ଜହ୍ନ ହେଉଛି ପୃଥିବୀର ଏକମାତ୍ର ପ୍ରାକୃତିକ ଉପଗ୍ରହ ଏବଂ ସୌରଜଗତର ପଞ୍ଚମ ବୃହତ ଉପଗ୍ରହ । ଜହ୍ନ ହେଉଛି ଏକମାତ୍ର ଉପଗ୍ରହ ଯେଉଁଥିରେ ମଣିଷର ପାଦ ପଡ଼ିପାରିଛି । ଏବେ ନାସା ବୈଜ୍ଞାନିକମାନେ ପୃଥିବୀ ପରିକ୍ରମା କରୁଥିବା ଏକ ଗ୍ରହାଣୁ ଠାବ କରିଛନ୍ତି। ଏହା ଆକାରରେ ଛୋଟ ଓ ପୃଥିବୀର ବହୁ ଦୂରରେ ଥିବାରୁ ଏହାକୁ ଏକ କ୍ଷୁଦ୍ର ଉପଗ୍ରହ ବୋଲି କୁହା ଯାଇପାରେ। ପୃଥିବୀରୁ ଚନ୍ଦ୍ରର ହାରାହାରି ଦୂରତା ୩୮୪,୪୦୦ କିମି ବା ୧.୨୮ଆଲୋକ-ସେକେଣ୍ଡ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ପୌରାଣିକ ମତେ ହନୁମାନ ସୁଗ୍ରୀବଙ୍କ ଭଣଜା ଓ ରାମଚନ୍ଦ୍ରଙ୍କ ଶ୍ରେଷ୍ଠ ଭକ୍ତଭାବେ ପରିଚିତ । ଏହାଙ୍କ ମାତାଙ୍କ ନାମ ଅଞ୍ଜନା; ଏ ବାୟୁଦେବତାଙ୍କ ପୁତ୍ର । ଏ ପ୍ରଥମେ ବାଳିଙ୍କର ସେନାପତି ଥିଲେ, ପରେ ବାଳିଙ୍କର ରାଜ୍ୟରୁ ବିତାଡ଼ନ ପରେ ଏ ସୁଗ୍ରୀବଙ୍କର ପାରିଷଦ ହେଲେ ସୀତାହରଣ ପରେ ରାମଚନ୍ଦ୍ରଙ୍କର ସୁଗ୍ରୀବଙ୍କ ସଙ୍ଗେ ମିତ୍ରତା ହେବାରୁ ଏ ସୀତାଙ୍କୁ ଠାବ କରିବାକୁ ଦୂତରୂପେ ଦକ୍ଷିଣକୁ ଯାଇ ଲଙ୍କାରେ ଅଶୋକବନରେ ସୀତାଙ୍କୁ ଠାବ କରି, ତାଙ୍କୁ ଶ୍ରୀରାମଙ୍କ ସଂବାଦ ଦେଇ, ତାଙ୍କଠାରୁ ଲେଉଟ ସଂବାଦ ଓ ସଂଙ୍କେତ ଆଣି ଶ୍ରୀରାମଙ୍କୁ ଦେଇଥିଲେ । ଏ ଅତ୍ୟନ୍ତ ବଳଶାଳୀ ଥିଲେ ଓ ଭାରତବର୍ଷରୁ ଲଙ୍କାକୁ ଡେଇଁଥିଲେ ଲକ୍ଷ୍ମଣଙ୍କ ଶକ୍ତିଭେଦ ହେବାରୁ ଏ ଅମରଔଷଧି ଆଣିବାକୁ ଯାଇ ଗନ୍ଧମାର୍ଦ୍ଦନ ପର୍ବତକୁ ଉପାଡ଼ି ନିଜ ମୁଣ୍ଡରେ ବୋହି ଲଙ୍କାଠାକୁ ଆଣିବାରୁ ଲକ୍ଷ୍ମଣଙ୍କର ପ୍ରାଣରକ୍ଷା ହେଲା । ଏ ରାବଣଙ୍କ ରାକ୍ଷସ ସେନା ସଙ୍ଗେ ଖୁବ୍ ବୀରତା ସହକାରେ ୟୁଦ୍ଧ କରି ଥିଲେ ରାମଚନ୍ଦ୍ର ଦେହ ତ୍ୟାଗ କରିବା ସମଯରେ ଏହାଙ୍କୁ ଅମରବର ଦେଇଥିଲେ । କଥିତ ଅଛି ଯେ, ଲଙ୍କା ପୋଡ଼ିବା ପରେ ହନୁମାନ୍ ନିଜ ଲାଙ୍ଗୁଡ଼ରେ ଜଳୁଥିବା ନିଆଁକୁ ହାତରେ ଓ ଗୋଡ଼ରେ ମଳି ଲିଭାଇ ଦେଇ ସେହି କରତଳକୁ ମୁଁହରେ ବୋଳି ଦେବାରୁ ତାଙ୍କ ମୁହଁ କଳା ପଡ଼ିଗଲା ଓ ତଦବଧି ତାଙ୍କ ବଂଶଧରମାନେ (ହନୁମାଙ୍କଡ଼) ମୁହଁପୋଡ଼ା ବାନ୍ଦର ହେଲେ । ଦ୍ଵାପର ଯୁଗରେ ଭୀମଙ୍କ ସଙ୍ଗେ ଗନ୍ଧମାର୍ଦ୍ଦନ ପର୍ବତରେ ଏହାଙ୍କର ଭେଟ ହୋଇଥିଲା । ହିନ୍ଦୁମାନେ ଏହାଙ୍କୁ 'ମହାବୀର' ଠାକୁର ରୁପରେ ପୁଜା କରନ୍ତି ।
ଆକାଶବାଣୀ କଟକ କେନ୍ଦ୍ର ୧୯୪୮ ଜାନୁଆରୀ ୨୮ତାରିଖରେ କଟକର ମିଶନରୋଡ଼ସ୍ଥିତ ମଧୁପୁରକୋଠିଠାରେ ପ୍ରତିଷ୍ଠିତ ହୋଇଥିଲା । ସେହି ଦିନ ଠାରୁ ଆକାଶବାଣୀ କଟକ, ଓଡ଼ିଶା ତଥା ଓଡ଼ିଶା ବାହାର ଲୋକଙ୍କୁ ସୂଚନା, ଶିକ୍ଷା ଏବଂ ମନୋରଞ୍ଜନ ପ୍ରଦାନ କରିଆସିଛି । ଓଡ଼ିଶାରେ ଆକାଶବାଣୀ କେନ୍ଦ୍ର ପ୍ରତିଷ୍ଠା କରିବାରେ, ଡକ୍ଟର ହରେକୃଷ୍ଣ ମହତାବ, ଲକ୍ଷ୍ମୀନାରାୟଣ ସାହୁ, ଭୁବନାନନ୍ଦ ଦାସ, ଆର୍ତ୍ତବଲ୍ଲଭ ମହାନ୍ତି, କାଳିଚରଣ ପଟ୍ଟନାୟକ ଆଦି ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ନେଲସନ ରୋଲିହ୍ହଲ୍ଲା ମଣ୍ଡେଲା(୧୮ ଜୁଲାଇ ୧୯୧୮ - ୫ ଡିସେମ୍ବର ୨୦୧୩) ଦକ୍ଷିଣ ଆଫ୍ରିକାର ପୂର୍ବତନ ରାଷ୍ଟ୍ରମୁଖ୍ୟ (୧୯୯୪-୧୯୯୯) ଥିଲେ । ସେ ଦକ୍ଷିଣ ଆଫ୍ରିକାର ପ୍ରଥମ ଅଣ ଶ୍ୱେତାଙ୍ଗ ବା କୃଷ୍ଣକାୟ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିଲେ । ତାଙ୍କ ଶାସନକାଳ ମଧ୍ୟରେ ଅପାର୍ଥିଡ଼ ନୀତିର ପତନ ହୋଇଥିଲା ତଥା ଚାଲିଆସୁଥିବା ରଙ୍ଗଭେଦ, ଦାରିଦ୍ର୍ୟ, ସାମାଜିକ ଅସମାନତାକୁ ଦୂର କରିବାକୁ ବିଶେଷ ପ୍ରାଧାନ୍ୟ ଦିଆଯାଇଥିଲା । ରାଜନୈତିକ ଭାବେ ସେ ଗଣତାନ୍ତ୍ରିକ ସମାଜବାଦୀ ଚିନ୍ତାଧାରାରେ ବିଶ୍ୱାସ ରଖିଥିଲେ ଏବଂ ଆଫ୍ରିକୀୟ ଜାତୀୟ କଂଗ୍ରେସର ସଭାପତି ଭାବେ ୧୯୯୧ରୁ ୧୯୯୭ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ । ଅନ୍ତର୍ଜାତୀୟ ପଦବୀ ଭାବେ "ନନ-ଆଲାଇନଡ ମୁଭମେଣ୍ଟ"ର ସାଧାରଣ-ସଚିବ ଭାବେ ୧୯୯୮-୧୯୯୯ ପାଇଁ କାର୍ଯ୍ୟରତ ଥିଲେ । ଯୋସା ସଂପ୍ରଦାୟର ଥେମ୍ବୁ ରାଜପରିବାରରେ ଜନ୍ମ ଗ୍ରହଣ କରି ମଣ୍ଡେଲା ଫୋର୍ଟ ହାରେ ବିଶ୍ୱ ବିଦ୍ୟାଳୟ ଓ ୱିଟୱାଟର୍ସରାଣ୍ଡ ବିଶ୍ୱବିଦ୍ୟାଳୟରେ ଆଇନ ଶିକ୍ଷା କରିଥିଲେ । ଜୋହାନ୍ସବର୍ଗରେ ରହିବା ସମୟରେ ଔପନିବେଶ ବିରୋଧୀ ରାଜନୀତିରେ ଅଂଶଗ୍ରହଣ କରି ଆଫ୍ରିକୀୟ ଜାତୀୟ କଂଗ୍ରେସରେ ଯୋଗଦେଇଥିଲେ ଓ ଏହାର ଯୁବ ସଂଘର ପ୍ରତିଷ୍ଠାତା ସଭ୍ୟ ଥିଲେ । ୧୯୪୮ରେ ନ୍ୟାସନାଲ ପାର୍ଟିର "ଆଫ୍ରିକାନ" ଜାତୀୟତାବାଦୀ ମାନେ ସରକାର ଗଠନ କରି କ୍ଷମତାକୁ ଆସିବା ପରେ ଅପାର୍ଥିଡ଼କୁ ନୀତିକୁ ପ୍ରାଧାନ୍ୟ ଦେଇଥିଲେ, ଏବଂ ସେହି ସମୟରେ ମଣ୍ଡେଲା ଜାତୀୟ କଂଗ୍ରେସଦ୍ୱାରା ୧୯୫୨ରେ ହୋଇଥିବା ଅସହଯୋଗ ଆନ୍ଦୋଳନରେ ପ୍ରମୁଖ ଭୂମିକା ଗ୍ରହଣ କରି ଟ୍ରାନ୍ସଭାଲ କଂଗ୍ରେସର ସଭାପତି ନିର୍ବାଚିତ ହୋଇଥିଲେ ଏବଂ ୧୯୫୫ରେ "ପିପୁଲ ଅଫ କଂଗ୍ରେସ"କୁ ଉଦବୋଧନ ଦେଇଥିଲେ । ଜଣେ ଓକିଲ ଭାବେ କାର୍ଯ୍ୟ କରୁଥିବା ସମୟରେ ସନ୍ଦେହଜନକ କାର୍ଯ୍ୟକଳାପ ପାଇଁ ଓ ଜାତୀୟ କଂଗ୍ରେସ ନେତା ଭାବେ ୧୯୫୫ରୁ ୧୯୬୧ ଯାଏଁ ଦେଶଦ୍ରୋହ ପାଇଁ ଅଭିଯୁକ୍ତ ହୋଇଥିଲେ ମଧ୍ୟ ଶେଷରେ ନିର୍ଦ୍ଦୋଷ ସାବ୍ୟସ୍ତ ହୋଇଥିଲେ । ଯଦିଓ ଆନ୍ଦୋଳନ ଆରମ୍ଭରେ ସେ ଅହିଂସା ନୀତିରେ ବିଶ୍ୱାସ ରଖିଥିଲେ; କିନ୍ତୁ ସାଉଥ ଆଫ୍ରିକାନ କମ୍ୟୁନିଷ୍ଟ ପାର୍ଟି ସହ ମିଶି ୧୯୬୧ରେ "ଉମଖୋଂତ ୱେ ସିଜୱେ" ନାମରେ ଏକ ସଶସ୍ତ୍ର ବାହିନୀ ଗଠନ କରି, ସରକାର ବିରୁଦ୍ଧରେ ବହୁ ବୋମାମାଡ଼ର ନେତୃତ୍ୱ ନେଇଥିଲେ । ୧୯୬୨ ମସିହାରେ ଗଣସଂହାର ଓ ଅନ୍ତର୍ଘାତୀ କାର୍ଯ୍ୟପାଇଁ ଦୋଷୀ ସାବ୍ୟସ୍ତ ହୋଇ ରିଭିନିଆ ଶୁଣାଣୀରେ ଆଜୀବନ କାରାବାସ ପାଇଁ ଦଣ୍ଡ ପାଇଥିଲେ । ରଙ୍ଗଭେଦ ନୀତି ଓ ଅପାର୍ଥିଡ଼ ବିରୋଧରେ ଲଢ଼ି ସେ ନିଜ ଜୀବନକାଳର ୨୭ ବର୍ଷ କାଳ ରୋବେନ ଦ୍ୱୀପର କାରାଗାର, ପୋଲ୍ସମୁର କାରାଗାର ଓ ଭିକ୍ଟର ଭର୍ଷ୍ଟର କାରାଗାରରେ କଟାଇଥିଲେ । ତାଙ୍କୁ ମୁକ୍ତ କରିବା ପାଇଁ ଆନ୍ତର୍ଜାତିକ ଚାପ ବଢ଼ିବାରୁ ୧୯୯୦ରେ ଛାଡ଼ ପାଇଥିଲେ । ଜାତୀୟ କଂଗ୍ରେସର ସଭାପତି ଥିବା ସମୟରେ ମଣ୍ଡେଲା ନିଜର ଆତ୍ମଜୀବନୀ ପ୍ରକାଶ କରିଥିଲେ ଓ ତତକାଳୀନ ରାଷ୍ଟ୍ରପତି ଏଫ.ଡବଲ୍ୟୁ.
କାନ୍ଦଣା ଗୀତ ବା ବାହୁନା ଗୀତ ଓଡ଼ିଆ ବାହାଘରର ବିଭିନ୍ନ ସମୟରେ ଘରର ପ୍ରତ୍ୟେକ ସଦସ୍ୟଙ୍କୁ ଧରି କନିଆଁଦ୍ୱାରା ବୋଲାଯାଉଥିବା ରୋଦନ ସଙ୍ଗୀତ । ଏହି କାନ୍ଦଣା ଆଶୁକବିତା ଉପରେ ଆଧାରିତ । ଝିଅ ନିଜ ପରିବେଶରେ ଦେଖୁଥିବା ଘଟଣା ଓ ଶାଶୂଘର ସମ୍ବନ୍ଧରେ ଯାହା ଶୁଣିଥାଏ ତାହାକୁ ଆଧାର କରି ଗୀତ ବୋଲି ପ୍ରକାଶ କରିଥାଏ । ବାହାଘର ଆଅଗରୁ ଝିଅ ଶାଶୂଘର ବାବଦରେ କିଛି ଜାଣିନଥିବା ବେଳେ ଲାଜ ହେତୁ ସେ ନିଜର ସ୍ୱାମୀ ଓ ଶାଶୂଘର ପରିବାରର ଆଉ କାହା ବିଷୟରେ କିଛି ପଚାରିବାର ସୁଯୋଗ ପାଇନଥାଏ । ଅଜଣା ପରିବେଶରେ ନୂଆ ଲୋକଙ୍କ ସହିତ କିପରି ଚଳିବ ତାହା ଝିଅଟି କାନ୍ଦଣା ବୋଲି ଜଣାଇଥାଏ । ବାହୁନିବା ପ୍ରସଙ୍ଗରେ ଝିଅମାନେ ପୌରାଣିକ ଆଖ୍ୟାୟିକାମାନ ମଧ୍ୟ ବୋଲିଥାନ୍ତି । ପରିବାରର ବୟୋଜ୍ୟୋଷ୍ଠା ନାରୀମାନେ ଝିଅମାନଙ୍କୁ ଏହି ବାହୁନା ଶିଖାଇଥାନ୍ତି । ଏକବିଂଶ ଶତାବ୍ଦୀ ବେଳକୁ ଏହି ପରମ୍ପରା ଧୀରେ ଧୀରେ ଲୋପ ପାଇବା ଆରମ୍ଭ କରିଥିଲା।