ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଟିକେ ଅନାଡ଼ି ପୂରା ଖିଲାଡ଼ି, ୨୦୧୭ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ରବିନ୍ ନନ୍ଦ । ଅଜୟ ସାମଲ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ଲୋକନାଥ ବାରିକ ଏହି କଥାଚିତ୍ରଟିର କାହାଣୀ ଓ ଚିତ୍ରନାଟ୍ୟ ରଚନା କରିଥିଲ ଏବଂ ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତ ନିର୍ଦ୍ଦେଶକ ଅଗ୍ନିରାଜ କିଶୋର ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
୧୮୧୭ ମସିହାରେ ଇଂରେଜ ସରକାର ବିରୁଦ୍ଧରେ ଓଡ଼ିଶାରେ ପ୍ରଥମ ବିଦ୍ରୋହ ହୋଇଥିଲା , ଯାହାର ନାମ ପାଇକ ବିଦ୍ରୋହ ବା ଖୋର୍ଦ୍ଧା ବିଦ୍ରୋହ । ଏହାକୁ ପାଇକ ବିଦ୍ରୋହ କୁହାଯାଉଥିଲେହେଁ ପ୍ରକୃତରେ ଏହା ଥିଲା ଭାରତର ପହିଲି ସ୍ୱାଧୀନତା ଲଢ଼େଇ । ଏହାର ନେତୃତ୍ୱ ନେଇଥିଲେ ସଂଗ୍ରାମ ବୀର ବକ୍ସି ଜଗବନ୍ଧୁ ବିଦ୍ୟାଧର ମହାପାତ୍ର ଭ୍ରମରବର ରାୟ । ନିଜର ଯୋଗ୍ୟତା ବଳରେ ସେ ଖୋର୍ଦ୍ଧା ରାଜାଙ୍କର ସେନାପତି ହୋଇପାରିଥିଲେ । ପାଇକ ସର୍ଦାରମାନଙ୍କର ସମ୍ମିଳିତ ସହଯୋଗରେ ୧୮୧୭ ମସିହାରେ ସେ ପାଇକ ବିଦ୍ରୋହର ନେତୃତ୍ବ ନେଇଥିଲେ । ଇଂରେଜମାନଙ୍କର କଠୋର ଦମନ ନୀତି ସତ୍ତ୍ୱେ ବକ୍ସିଙ୍କ ବୀରତ୍ୱ ଓ ପାଇକମାନଙ୍କର ମିଳିତ ସଂଘର୍ଷ ଯୋଗୁଁ ବିଦ୍ରୋହ ଦମନ କରିବା ସହଜ ହୋଇନଥିଲା । ଦୀର୍ଘଦିନ ଧରି ସଂଗ୍ରାମ ଚାଲୁ ରଖିବାପରେ ଅନେକ ପାଇକ ସର୍ଦାର ଧରାପଡ଼ି ଦ୍ୱୀପାନ୍ତର ଦଣ୍ଡ ଭୋଗିଥିଲେ । ବହୁଦିନ ଜଙ୍ଗଲରେ ଲୁଚି ସଂର୍ଘଷ କରିବା ପରେ ବକ୍ସି ନିଜେ ଆତ୍ମ ସମର୍ପଣ କରିଥିଲେ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ସ୍ତନ୍ୟପାୟୀ (ଇଂରାଜୀ: Mammal; ଶ୍ରେଣୀ Mammalia /məˈmeɪli.ə/) ସମୂହର ପ୍ରାଣୀମାନେ (ନାରୀ) ନିଜ ନବଜାତ ଶିଶୁକୁ ସ୍ତନ୍ୟ ପାନ କରାଇଥାନ୍ତି । ମହିଳାମାନଙ୍କ କ୍ଷେତ୍ରରେ ସ୍ତନ ଗ୍ରନ୍ଥି ଦେଖାଯାଇଥାଏ, ଯାହାକି ସରୀସୃପ କିମ୍ବା ପକ୍ଷୀମାନଙ୍କ କ୍ଷେତ୍ରରେ ଦେଖାଯାଇନଥାଏ । ସ୍ତନ୍ୟପାୟୀ ସମୂହର ଚାରି କୋଠରି ବିଶିଷ୍ଟ ହୃତପିଣ୍ଡ ରହିଥାଏ ଓ ମସ୍ତିସ୍କ ଗଠନ ଅପେକ୍ଷାକୃତ ଉନ୍ନତ ହୋଇଥାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ସ୍ଵାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ଵ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ଵଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ଵଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ଵନାଥ ଦତ୍ତ ଓ ଭୁବନେଶ୍ଵରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ଵାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ଗେରୁଆ ପୋଷାକ ଧାରଣ କରିଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ଵରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖା ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣା, ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ଦର୍ଶନରେ ଭରା ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଧନୁଯାତ୍ରା ଓଡ଼ିଶାର ବରଗଡ଼ରେ ଏକ ବାର୍ଷିକ ନାଟକ-ଭିତ୍ତିକ ଖୋଲା ରଙ୍ଗମଞ୍ଚ ଯାତ୍ରା । ବରଗଡ଼ ପୌରାଞ୍ଚଳର ୭କିମି ପରିଧି ମଧ୍ୟରେ ଆୟୋଜିତ ଏହି ଯାତ୍ରା ପୃଥିବୀର ବିଶାଳତମ ଖୋଲା ରଙ୍ଗମଞ୍ଚ ଭାବେ ଜଣା । ପୌରାଣିକ କଥାବସ୍ତୁ ହରିବଂଶର ମଥୁରା ବିଜୟକୁ ନାଟ୍ୟ ରୁପାନ୍ତର ଆକାରରେ ମଞ୍ଚସ୍ଥ କରାଯାଇଥାଏ ଧନୁଯାତ୍ରାରେ । ଧନୁଯାତ୍ରା ମାତୁଳ କଂସର ଧନୁଯାତ୍ରାରେ ଭାଗନେବାପାଇଁ ଭଗବାନ କୃଷ୍ଣଙ୍କର ମଥୁରାଯାତ୍ରାର ସ୍ମୃତି ବହନ କରେ । ଯାତ୍ରା ସମୟରେ ବରଗଡ଼ ସହର କଂସଙ୍କ ମଥୁରା ପାଲଟୁଥିବାବେଳେ ପୌରାଞ୍ଚଳର ୧୭ନଂ ୱାର୍ଡ଼ ଅମ୍ବାପାଲି ପାଲଟି ଥାଏ ଗୋପପୁର, ବରଗଡ଼ ସହରବାସୀ ଓ ଦର୍ଶକ ପାଲଟିଥାନ୍ତି ପ୍ରଜା । ମହାରାଜା କଂସଙ୍କ ଆଦେଶ ଅବମାନନା କଲେ ଯେତେବଡ଼ ପଦପଦବୀରେ ଥିଲେ ସୁଦ୍ଧା ଦଣ୍ଡଭୋଗିବାକୁ ହୋଇଥାଏ । ଏହି ମଞ୍ଚରେ କଂସ ଦୋଷ ନିମନ୍ତେ ଲୋକଙ୍କୁ ଦଣ୍ଡବିଧାନ ମଧ୍ୟ କରିଥାନ୍ତି । ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ଓ ତାଙ୍କ ମନ୍ତ୍ରୀମଣ୍ଡଳ ମଧ୍ୟ କଂସଙ୍କଦ୍ୱାରା ଦଣ୍ଡିତ ହୋଇଥିଲେ ।
ପାଇକ ଆଖଡ଼ା ବା ପାଇକ ଆଖରା ଏକ ଓଡ଼ିଆ ଶବ୍ଦ ଯାହାର ଅର୍ଥ ପ୍ରାୟ ଯୋଦ୍ଧା ପାଠଶାଳା ବା ଯୋଦ୍ଧା ବ୍ୟାୟାମଶାଳା । ଆଗ କାଳରେ ପୂର୍ବ ଭାରତର ଓଡ଼ିଶାରେ ଏହା ଏକ ଯୋଦ୍ଧା ଶିକ୍ଷା କେନ୍ଦ୍ର ରୂପେ ବ୍ୟବହୃତ ହେଉଥିଲା । ଅଧୁନା ଏହି ଆଖଡ଼ାରେ ପାଇକ ନାଚ ସହିତ ପାରମ୍ପରିକ ଶାରୀରିକ ବ୍ୟାୟାମ ଶିକ୍ଷା ଦିଆଯାଏ ଓ ଏଥିରେ ବାଦ୍ୟର ତାଳରେ ଅଙ୍ଗଭଙ୍ଗୀ ସହିତ ବିଭିନ୍ନ ଅସ୍ତ୍ର ଚାଳନା କରାଯାଏ । ବିଭିନ୍ନ କଳାବାଜି ସହିତ ବିଭିନ୍ନ ପ୍ରକାର ଖଣ୍ଡା ଚାଳନା, ବାଡ଼ି ଚାଳନା ଓ ଅନ୍ୟାନ୍ୟ ଅସ୍ତ୍ର ଚାଳନା ଶିକ୍ଷା ଦିଆଯାଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଓଡ଼ିଶାରେ ଘରର ପିତୃପୁରୁଷଙ୍କୁ ବଡ଼ବଡ଼ିଆ ବା ବଡ଼ବଡ଼ୁଆ ବୋଲି କୁହାଯାଇଥାଏ । ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ ଅନୁସାରେ ଆପଣାର ମୃତ ପୂର୍ବପୁରୁଷଗଣଙ୍କୁ ବଡ଼ବଡ଼ିଆ କୁହାଯାଏ । ପୁଣି ସେହି ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ ଅନୁସାରେ ବଡ଼ବଡ଼ିଆ ଶବ୍ଦର ଅନ୍ୟ ଏକ ଅର୍ଥ ହେଲା ହାଣ୍ଡିଶାଳରେ ରଚିତ ପୂର୍ବପୁରୁଷମାନଙ୍କର କଳ୍ପିତ ପ୍ରତିମା । ଦୀପାବଳୀ ବା କାର୍ତ୍ତିକ ମାସର ଅମାବାସ୍ୟା ଦିନ ଲୋକେ କାଉଁରିଆ କାଠି ଜାଳି ତାହାର ଆଲୋକକୁ ଆକାଶକୁ ଦେଖାନ୍ତି ଯାହାଦ୍ଵାରା ପିତୃପୁରୁଷଙ୍କ ପଥ ଆଲୋକିତ ହୁଏ ବୋଲି ବିଶ୍ଵାସ ରହିଛି ।
ଭ୍ୟାକୁମ୍ କ୍ଲିନର୍ ଝାଡୁଦାର୍ ଭାବରେ ମଧ୍ୟ ଜଣାଶୁଣା | ଏହି ଯନ୍ତ୍ରଟି ସାଧାରଣତଃ ଚଟାଣ, ସତରଞ୍ଜି, ପରଦା ଆଦିରୁ ଧୂଳି ଶୋଷିବା ଲାଗି ବ୍ୟବହାର କରାଯାଏ | ଏଥିରେ ଧୂଳିକୁ ଶୋଷିବା ଲାଗି ଗୋଟିଏ ବାୟୁ ପମ୍ପ୍ ରହିଛି | ଏହି ପମ୍ପ୍ ଆଂଶିକ ଶୁନ୍ୟତା ସୃଷ୍ଟି କରିବାରେ ସହାୟକ ହୋଇଥାଏ | ସମସ୍ତ ଧୂଳି ଓ ଅଳିଆ ଗୋଟିଏ ଆବର୍ଜନା ଥଳିରେ ପରବର୍ତ୍ତି ନିଷ୍କାସନ ଲାଗି ସଂଗୃହିତ ହୋଇ ରହିଥାଏ | ଏହି ଯନ୍ତ୍ରଟି ଘରେ ଓ କଳକାରଖାନାରେ ମଧ୍ୟ ବ୍ୟବହାର କରାଯାଏ |
ଜୀବବୈଜ୍ଞାନିକ ଭିତ୍ତିକ ଶ୍ରେଣୀବିଭାଗ ହେଉଛି ଜୀବ ମାନଙ୍କର ବିଭକ୍ତି କାରଣର ଏକ ଉପାୟ । ଲକ୍ଷଣର ସ୍ତର ଓ ପରସ୍ପର ସମ୍ବନ୍ଧିତ ଲକ୍ଷଣ ଗୁଡ଼ିକୁ ବ୍ୟବହାର କରି ଜୀବମାନଙ୍କର ଶ୍ରେଣୀବିଭାଗ କରି ଯାଇଥାଏ । ଏଠାରେ କୋଷର ପ୍ରକୃତିଠାରୁ ଆରମ୍ଭ କରି ବିଭିନ୍ନ ଜୀବ ମଧ୍ୟରେ ଅନେକ ସାମଞ୍ଜସ୍ୟପୂର୍ଣ୍ଣ ଲକ୍ଷଣ ଥିଲେ ମଧ୍ୟ ଜୀବମାନଙ୍କ ଶ୍ରେଣୀ ବିଭାଗ ସମୟରେ କେତେକ ଆନ୍ତଃସମ୍ବନ୍ଧିତ (interrelated) ଲକ୍ଷଣଦ୍ଵାରା ହିଁ ଜୀବଗୋଷ୍ଠୀରେ ଶ୍ରେଣୀ ବିଭାଗ କରାଯାଇଥାଏ । ଉଦାହରଣ : ୧. ସୁନ୍ୟଷ୍ଟୀୟ କୋଷରେ କୋଷ ଅଙ୍ଗିକା (cell organelle) ଓ ନ୍ୟଷ୍ଟି (Nucleus) ଥାଏ । ଯାହାଦ୍ୱାରା ବହୁକୋଷୀ ଜୀବ ମାନଙ୍କର କୋଷୀୟ ପ୍ରକ୍ରିୟା ଅଲଗା ଅଲଗା ଭଲ ଭାବରେ କାର୍ଯ୍ୟ କରିପାରେ । ୨. ପ୍ରାକ୍ନ୍ୟଷ୍ଟୀୟ କୋଷରେ ଏକ ସଂଗଠିତ ନ୍ୟଷ୍ଟି ନଥାଏ ଏବଂ ସେହି କୋଷର ବିଭିନ୍ନ କ୍ରିୟାଗୁଡ଼ିକ ସୁନ୍ୟଷ୍ଟୀୟ କୋଷଗୁଡ଼ିକରେ ଅଲଗା ଭାବେ କାର୍ଯ୍ୟ କରିଥାଏ । ୩.
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
କର୍କଟ ରୋଗ ଏକ ପ୍ରକାର ଦୃତ ବୃଦ୍ଧି ସମ୍ପନ୍ନ ଅର୍ବୁଦ (ଇଂରାଜୀରେ Malignant tumour) ରୋଗ ଯେଉଁଥିରେ କୋଷମାନଙ୍କର ଅସ୍ଵଭାବିକ ଭାବରେ ଦୃତ ଗତିରେ ବୃଦ୍ଧି ପାଇଥାଏ ଏବଂ କେତେକ କ୍ଷେତ୍ରରେ ଶରୀରର ରୋଗଗ୍ରସ୍ତ ସ୍ଥାନରୁ ପାର୍ଶ୍ଵବର୍ତ୍ତୀ ସ୍ଥାନ ବା ଦୂରବର୍ତ୍ତୀ ସ୍ଥାନକୁ ରୋଗଗ୍ରସ୍ତ କୋଷଗୁଡ଼ିକ ସ୍ଥାନାନ୍ତରିତ ହେବାର ସମ୍ଭାବନା ଥାଏ । ସମସ୍ତ ଅର୍ବୁଦ କର୍କଟ ନୁହେଁ; ମୃଦୁ ଅର୍ବୁଦ (Benign tumour) ରୋଗ ଅଛି ଯାହା ଅନ୍ୟ ସ୍ଥାନକୁ ମାଡ଼ିଯାଏ ନାହିଁ । ପ୍ରଥମରୁ କୌଣସି ଆବୁ ଅନିୟନ୍ତ୍ରିତ ଭାବେ ବୃଦ୍ଧି ହୋଇନଥାଏ କିମ୍ବା ଅନ୍ୟ ପାଖାପାଖି କୋଷମାନଙ୍କୁ ଆକ୍ରାନ୍ତ କରିନଥାଏ । ସମ୍ଭାବ୍ୟ ଲକ୍ଷଣ ଓ ଚିହ୍ନ ମଧ୍ୟରେ ନୂଆ ଆବୁ (Lump), ଅସାଧାରଣ ରକ୍ତସ୍ରାବ, ଲମ୍ବା ସମୟ ଧରି କାଶ, ଅକାରଣ ଓଜନ ହ୍ରାସ ଓ ଖାଦ୍ୟନଳୀ ଚଳନର ପରିବର୍ତ୍ତନ ଦେଖାଯାଏ । ଏହି ସମସ୍ତ ଲକ୍ଷଣ କର୍କଟରେ ଥିଲେ ମଧ୍ୟ ଅନ୍ୟ କାରଣ ଯୋଗୁ ଦେଖାଯାଇପାରେ । ୧୦୦ରୁ ଅଧିକ ପ୍ରକାରର କର୍କଟ ମନୁଷ୍ୟକୁ ଆକ୍ରମଣ କରିପାଏ । କର୍କଟ ରୋଗ ଅନିୟନ୍ତ୍ରିତ ଭାବେ କୋଷ ବୃଦ୍ଧି କରିଥାଏ ଏବଂ ଶରୀରରେ କ୍ଷତିକାରକ ଆବୁ ସୃଷ୍ଟି (ଇଂରାଜୀରେ: Tumor) କରିଥାଏ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ଚିନ୍ତାର ଗଭୀରତା ଓ ବ୍ୟାପକତା କିପରି ମଣିଷ ସମାଜକୁ ପ୍ରଭାବିତ କରେ, ପ୍ରସିଦ୍ଧ ଗ୍ରୀକ ବୈଜ୍ଞାନିକ ଓ ଦାର୍ଶନିକ ଆରିଷ୍ଟୋଟଲଙ୍କ ଜୀବନୀରୁ ତାହା ସହଜରେ ପ୍ରମାଣିତ ହୁଏ । ତାଙ୍କ ଚିନ୍ତା ଓ ବିଶ୍ଳେଷଣ, ସମଗ୍ର ମାନବ ସମାଜ ଉପରେ ପ୍ରାୟ ୧୫୦୦ ବର୍ଷ ଧରି ପ୍ରଭାବ ବିସ୍ତାର କରିଥିଲା । ସେ ତାଙ୍କ ଜୀବନ କାଳ ମଧ୍ୟରେ ଅନେକ ବିକ୍ଷିପ୍ତ ବିଷୟରେ ବହୁତ ଉପାଦେୟ ପୁସ୍ତକ ରଚନା କରିଯାଇଛନ୍ତି , ଆଜି ତାହା କଳ୍ପନାତୀତ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ତୋ ପ୍ରେମରେ ପଡ଼ିଲା ପରେ, ୨୦୧୭ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଚିନ୍ମୟୀ ପ୍ରିୟଦର୍ଶିନୀ । ପ୍ରସନ୍ନ କୁମାର ପାଟ୍ଟଶାଣୀ ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ । ଡଃ ରଜନୀ ରଞ୍ଜନ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ସରୋଜ କାନ୍ତ କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତ ନିର୍ଦ୍ଦେଶକ ବୈଦ୍ୟନାଥ ଦାଶ ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ଵାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବି ମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ଅଭିନବ ଗଣିତ ବିଚିତ୍ରା ଏକ ତ୍ରୈମାସିକ ଦ୍ଵିଭାଷୀ (Bilingual) ପତ୍ରିକା ଅଟେ । ଏହା ସାଧାରଣତଃ ପ୍ରତ୍ୟେକ ବର୍ଷ ମାର୍ଚ୍ଚ , ଜୁନ , ସେପ୍ଟେମ୍ବର ଓ ଡିସେମ୍ବର ମାସରେ ପ୍ରକାଶିତ ହୁଏ । ଏହା ଓଡ଼ିଶା ଗଣିତ ସଂସଦ ଆନୁକୁଲ୍ୟରେ ପ୍ରକାଶ ପାଇଥାଏ । ଓଡ଼ିଶାରେ ଗଣିତକୁ ଲୋକପ୍ରିୟ କରାଇବା ଉଦ୍ଦେଶ୍ୟରେ ୧୯୮୪ ମସିହାରୁ ଗଣିତ ବିଚିତ୍ରାର ମୁଦ୍ରଣ ଆରମ୍ଭ ହେଲା । ଗଣିତ ବିଚିତ୍ରାର ନାମ କରଣ କରିଥିଲେ ପ୍ରଫେସର ବ୍ରଜବନ୍ଧୁ ମିଶ୍ର ।
ଭୁବନେଶ୍ଵର ଭୁବନେଶ୍ଵର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ଵର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ଵର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ଵାରା ବିଶେଷ ଆଦୃତ ହୋଇଅଛି ।
ଅନ୍ନପୂର୍ଣ୍ଣା ମହାରଣା (୧୯୧୭-୨୦୧୨) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ ଥିଲେ । ସେ ୧୯୧୭ ମସିହା ନଭେମ୍ବର ୩ ତାରିଖରେ କଟକର ବାଖରାବାଦଠାରେ ଜନ୍ମଗ୍ରହଣ କରିଥିଲେ । ସ୍ଵାଧୀନତା ସଂଗ୍ରାମୀ ବାପା ଗୋପବନ୍ଧୁ ଚୌଧୁରୀ ଓ ମା' ରମାଦେବୀ ଚୌଧୁରୀଙ୍କ ସଂଗ୍ରାମମୟ ଜୀବନର ଛିଟାପଡିଥିଲା ତାଙ୍କ ଉପରେ । ତାଙ୍କର ଶ୍ରଦ୍ଧାନାମ ଥିଲା "ଚୁନୁ" । ତେଣୁ ପରବର୍ତ୍ତୀ ସମୟରେ ସେ "ଚୁନୁଅପା" ନାମରେ ବେଶୀ ପରିଚିତ ହେଲେ । ଗୋପବନ୍ଧୁଙ୍କ ସପରିବାର ଗାନ୍ଧୀ-ନୀତି ଗ୍ରହଣ କରିଥିବାରୁ, ଅନ୍ନପୂର୍ଣ୍ଣାଙ୍କ ଉପରେ ପିଲାଦିନରୁ ଏହାର ପ୍ରଭାବ ପଡ଼ିଥିଲା ଓ ଏହି ଆଦର୍ଶରେ ସେ ଆଜୀବନ ବଞ୍ଚିଥିଲେ । ଗୋପବନ୍ଧୁ ନିଜର ସନ୍ତାନଙ୍କୁ ସରକାରୀ ସ୍କୁଲରେ ପଢାଇବାକୁ ଇଚ୍ଛୁକ ନଥିବାରୁ, ଅନ୍ନପୂର୍ଣ୍ଣାଙ୍କ ଶିକ୍ଷା ଘର ମଧ୍ୟରେ ହୋଇଥିଲା ।
ଜୀବ ବିଜ୍ଞାନ ଦୁଇଟି ଶବ୍ଦକୁ ନେଇ ଗଠିତ, ଜୀବ ଓ ବିଜ୍ଞାନ । ଜୀବ କହିଲେ ପୃଥିବୀରେ ବାସକରୁଥିବା ଯେ କୌଣସି ଜୀବନ୍ତ ପ୍ରାଣୀ ବା ଉଦ୍ଭିଦକୁ ବୁଝାଏ ଏବଂ ଜୀବ ବିଜ୍ଞାନ ସେମାନଙ୍କ ବିଷୟରେ ବିଜ୍ଞାନ ଜ୍ଞାନ ପ୍ରଦାନ କରେ । ବିଜ୍ଞାନର ଯେଉଁ ବିଭାଗରେ ଜୀବଜନ୍ତୁ ଏବଂ ସେମାନଙ୍କ ଗୁଣ, ଧର୍ମ ଓ ବିଶେଷତ୍ଵ ବିଷୟରେ ଆଲୋଚନା କରାଯାଏ ତାହାକୁ ଜୀବବିଜ୍ଞାନ କୁହାଯାଏ । ଏହା ଏକ ବିସ୍ତୃତ ବିଷୟ ଯାହାକି ପାଞ୍ଚୋଟି ମୂଖ୍ୟ ମତ ଉପରେ ଆଧାରିତ ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି । ଗଣିତଜ୍ଞମାନେ ତର୍କ ସାହାଯ୍ୟରେ ସମସ୍ୟା ସମାଧାନ କରିଥାନ୍ତି । ଗଣିତଜ୍ଞମାନେ ଅନେକ ସମୟରେ ଅପସାରଣ ପଦ୍ଧତି ଅବଲମ୍ବନ କରନ୍ତି । ଉପଲବ୍ଧ ସତ୍ୟର ବ୍ୟବହାର କରି ନୂତନ ସତ୍ୟ ଆବିଷ୍କାର କରିବାର ବିଶେଷ ଉପାୟ ହେଉଛି ଅପସାରଣ । ଜଣେ ଗଣିତଜ୍ଞ ପାଇଁ, ଗୋଟିଏ ସତ୍ୟ ଓ ତାହାର କାରଣର ସତ୍ୟତା ଉଭୟ ଜରୁରୀ । ଅପସାରଣ ପଦ୍ଧତି ଅନ୍ୟ ଚିନ୍ତା ଓ ଗାଣିତିକ ଚିନ୍ତା ମଧ୍ୟରେ ପାର୍ଥକ୍ୟ ସୃଷ୍ଟି କରେ । ଗଣିତଜ୍ଞମାନେ ବିଭିନ୍ନ ବିଷୟରେ ସମାନତା ଅନୁଧ୍ୟାନ କରି ନୂତନ ସୂତ୍ର ସ୍ଥାପନ କରନ୍ତି । ଗାଣିତିକ ପ୍ରମାଣଦ୍ୱାରା ସେଗୁଡ଼ିକର ସତ୍ୟାସତ୍ୟ ନିର୍ଣୟ କରାଯାଏ । ଗାଣିତିକ ସମସ୍ୟାର ସମାଧାନ ପାଇଁ ବର୍ଷବର୍ଷ ଏପରିକି ଶତାବ୍ଦୀ ମଧ୍ୟ ବିତିଯାଏ । ଉନବିଂଶ ଶତାବ୍ଦୀରେ ଗିସେପ୍ପେ ପିନୋ (୧୮୫୮-୧୯୩୨), ଡେଭିଡ୍ ହିଲ୍ବର୍ଟ୍ (୧୮୬୨-୧୯୪୩) ଆଦିଙ୍କ ଉଲ୍ଲେଖନୀୟ କାର୍ଯ୍ୟ ପରେ, ପୂର୍ବପ୍ରମାଣିତ ସୂତ୍ରଦ୍ୱାରା ନୂତନ ସୂତ୍ରପାତ କରିବା ପ୍ରଥା ପ୍ରଚଳିତ ହୋଇଛି । ବାସ୍ତବ ପରିସ୍ଥିତିର ସଠିକ ଗାଣିତିକ ସୂତ୍ର ନିରୂପଣ ହେଲା ପରେ, ଗାଣିତିକ ତର୍କଦ୍ୱାରା ତାହାର ପୂର୍ବାନୁମାନ କରାଯାଇପାରେ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ରାଧା (ହିନ୍ଦୀରେ राधा, ରୋମାନ ଲିପିରେ ଉଚ୍ଚାରଣଗତ ଦୃଷ୍ଟିରୁ ମୂଳ ସଂସ୍କୃତ ଶବ୍ଦ Rādhā), ଯିଏ ରାଧାରାଣୀ, ରାଧିକା, ରାଧୀକାରାଣୀ ବା ଶ୍ରୀମତୀ ରୂପେ ହିନ୍ଦୁଧର୍ମର ବୈଷ୍ଣବମାନଙ୍କଦ୍ୱାରା ପୂଜିତା, ବ୍ରହ୍ମ ବୈବର୍ତ ପୁରାଣ ଓ ଗୀତ ଗୋବିନ୍ଦ ଅନୁସାରେ ସିଏ ହେଉଛନ୍ତି ଶ୍ରୀକୃଷ୍ଣଙ୍କର ବାଳସଖି, ପ୍ରେମିକା। ରାଧା ପ୍ରାୟ ସର୍ବଦା କୃଷ୍ଣଙ୍କ ସହିତ ପୂଜିତା ହୋଇଥାନ୍ତି। ଗୌଡ଼ୀୟ ବୈଷ୍ଣବମାନଙ୍କ ମତରେ ସେ ହେଉଛନ୍ତି ଆଦିଶକ୍ତି। ନିମ୍ବାର୍କ ସମ୍ପ୍ରଦାୟର ବୈଷ୍ଣବମାନଙ୍କର ମଧ୍ୟ ମୂଖ୍ୟ ଆରାଧିତା ଦେବୀ ହେଉଛନ୍ତି ରାଧା। ନିମ୍ବାର୍କ ଋଷି, ଯିଏ ନିମ୍ବାର୍କ ସମ୍ପ୍ରଦାୟ ପ୍ରତିଷ୍ଠା କରିଥିଲେ, ତାଙ୍କ ମତରେ ରାଧା ଓ କୃଷ୍ଣଙ୍କର ମିଳିତ ସତ୍ତା ହେଉଛି ସତ୍ୟର ପ୍ରତୀକ। କୃଷ୍ଣଙ୍କ ସହିତ ରାଧାଙ୍କର ଅପ୍ରାକୃତ ପ୍ରେମର ବର୍ଣ୍ଣନା ବ୍ରହ୍ମ ବୈବର୍ତ ପୁରାଣ, ଗର୍ଗ ସଂହିତା ଓ ବୃହଦ୍ ଗୌତମୀୟ ତନ୍ତ୍ରରେ ଦେଖିବାକୁ ମିଳେ।
ମଧୁମେହ (ଇଂରାଜୀରେ Diabetes mellitus, ସଂକ୍ଷେପରେ DM, ଡାଏବେଟିସ ନାମରେ ପରିଚିତ) ରୋଗ ମେଟାବୋଲିକ ରୋଗମାନଙ୍କ ଏକ ଦଳକୁ ନିର୍ଦ୍ଦେଶ କରାଏ ଯେଉଁଥିରେ ରକ୍ତଶର୍କରା ସ୍ତର ଉଚ୍ଚ ଥାଏ ଅନେକ ଦିନ ପର୍ଯ୍ୟନ୍ତ । ଉଚ୍ଚ ସ୍ତରର ରକ୍ତଶର୍କରା ଥିବାର ଲକ୍ଷଣମାନ: ପଲିୟୁରିଆ ବା ଘନ ଘନ ପରିସ୍ରା ହୁଏ, ପଲିଡିପ୍ସିଆ ବା ଅଧିକ ଶୋଷ ହୁଏ ଓ ପଲିଫେଜିଆ ବା ଅଧିକ ଭୋକ ହୁଏ । ଚିକିତ୍ସିତ ନ ହେଲେ ଏହି ରୋଗର ଅନେକ ଜଟିଳତା ସୃଷ୍ଟି ହୁଏ । ସେଗୁଡ଼ିକ ନାମ - ଡାଏବେଟିକ କିଟୋଏସିଡୋସିସ ଓ ନନ୍କିଟୋଟିକ ହାଇପରଅସମୋଲାର କୋମା ବା ସାଧାରଣରେ ପରିଚିତ କୋମା । ସାଂଘାତିକ ଦୀର୍ଘକାଳୀନ ଜଟିଳତା ଗୁଡ଼ିକର ନାମ - ହୃତ୍ପିଣ୍ଡରକ୍ତନଳୀ ରୋଗ, ସ୍ଟ୍ରୋକ୍, ବୃକ୍କ ଫେଲ୍, ପାଦ ଘାଆ ଓ ଡାଏବେଟିସ ଜନିତ ରେଟିନୋପାଥି
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଶ୍ରୀ ଅରବିନ୍ଦ (ବଙ୍ଗାଳୀ - শ্রী অরবিন্দ - Sri Ôrobindo) ହେଉଛନ୍ତି ଏକାଧାରରେ ଜଣେ ଯୋଗୀ, ଗୁରୁ, କ୍ରାନ୍ତିକାରୀ, ସ୍ୱାଧୀନତା ସଂଗ୍ରାମୀ, ଦାର୍ଶନିକ ତଥା କବି । ସେ ୧୫ ଅଗଷ୍ଟ ୧୮୭୨ ମସିହାରେ ଇଂରେଜ ଶାସନାଧୀନ ଭାରତର କଲିକତା ନଗରରେ ଭୂମିଷ୍ଠ ହୋଇଥିଲେ । ମାନବ ଜାତିର ପୂର୍ଣାଙ୍ଗ ଅଭ୍ୟୁଦୟ ସମ୍ବନ୍ଧରେ ନିଜର ଦର୍ଶନ ବିକଶିତ ହେବା ଆଗରୁ ସେ ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଯୋଗଦାନ କରି ସେ ଜଣେ ମହାନ ନେତା ହିସାବରେ ପରିଚିତ ହୋଇ ଅଛନ୍ତି। ସେ ସଶସ୍ତ୍ର ସଂଗ୍ରାମରେ ବିଶ୍ୱାସୀ ଥିଲେ । ଶ୍ରୀ ଅରବିନ୍ଦଙ୍କ ଦର୍ଶନର ମୂଳ ତତ୍ୱ ହେଉଛି ସାଧାରଣ ମାନବ ଜୀବନକୁ ଦିବ୍ୟ ଜୀବନରେ ରୂପାନ୍ତରଣ କରିବା । ସେ କହିଛନ୍ତି, ‘ମଣିଷ ହେଉଛି ଏକ ବିକାଶୋନ୍ମୁଖୀ ସତ୍ତା। ସେ ପୂର୍ଣ ବିକଶିତ ନୁହେଁ। ମାନସରୁ ଅତିମାନସ ପର୍ଯ୍ୟନ୍ତ ବିକାଶ ହେଉଛି ବିଶ୍ୱ ଚେତନା ଉତ୍ତରଣର ପରବର୍ତୀ ମାଇଲ ଖୁଣ୍ଟ । ଆଉ ଏହା ଅତି ଆବଶ୍ୟକ କାରଣ ଏହା ହେଉଛି ଅନ୍ତରାତ୍ମାର ମୂଳ ଉଦ୍ଦେଶ୍ୟ ଓ ନୈସର୍ଗିକ ନିୟମ।’ ଏହିପରି ଭାବରେ ଶ୍ରୀ ଅରବିନ୍ଦ ‘ମୁକ୍ତି’କୁ ଏକ ଭିନ୍ନ ରୂପରେ ପ୍ରତି ପାଦନ କରିଛନ୍ତି, ଯାହା ବୈୟକ୍ତିକ ନୁହେଁ ବରଂ ସାମଗ୍ରିକ, ସମ୍ପୂର୍ଣ ମାନବ ସମାଜର ଉତ୍ତରଣରେ ବିଶ୍ୱାସୀ। ପ୍ରାଚ୍ୟ ଓ ପାଶ୍ଚାତ୍ୟ ଦର୍ଶନ, ଧର୍ମ, ସାହିତ୍ୟ ଓ ମନୋବିଜ୍ଞାନର ସମନ୍ୱୟ ଶ୍ରୀ ଅରବିନ୍ଦଙ୍କ ଲେଖାରେ ଦେଖିବାକୁ ମିଳେ। ଶ୍ରୀ ଅରବିନ୍ଦଙ୍କ କୃତି ଭିତରେ ଦର୍ଶନ, କାବ୍ୟ, ବେଦ, ଉପନିଷଦ ଏବଂ ଗୀତା ଆଦିର ଅନୁବାଦ ଓ ଟୀକା, ନାଟକ, ସାମାଜିକ, ରାଜନୈତିକ ଓ ଐତିହାସିକ ସମାଲୋଚନା, ଆଧ୍ୟାତ୍ମିକ ଲେଖା, ପତ୍ର ପତ୍ରିକା ଓ ପତ୍ରାବଳୀ ଆଦି ଅନ୍ତର୍ଭୁକ୍ତ। ତାଙ୍କର ସାହିତ୍ୟିକ ସୃଷ୍ଟି ଦର୍ଶନ, କାବ୍ୟ ଓ ନାଟକୀୟତାରେ ଏକ ମଧୁର ସମନ୍ୱୟରେ ସୁଗଠିତ ଯାହା କିଞ୍ଚିତ୍ ଜଟିଳ, ଓ ସହଜରେ ବୋଧଗମ୍ୟ ନୁହେଁ। ତାଙ୍କର କତିପୟ ରଚନା ବଳି ନିମ୍ନରେ ପ୍ରଦତ୍ତ ହେଲା। ଦ ଲାଇଫ ଡିଭାଇନ The Life Divine (1940), ଦ ହ୍ୟୁମାନ ସାଇକଲ The Human Cycle (1949), ଦ ଆଇଡିଆଲ ଅଫ ହ୍ୟୁମାନ ୟୁନିଟି The Ideal of Human Unity (1949), ଅନ ଦି ବେଦ On the Veda (1956), କଲେକ୍ଟେଡ ପଏମସ ଏଣ୍ଡ ପ୍ଲେଜCollected Poems and Plays (1942), ଏସେଜ ଅନ ଦି ଗୀତାEssays on the Gita (1928), ଦ ସିନ୍ଥେସିସ ଅନ ଯୋଗ The Synthesis of Yoga (1948), and ସାବିତ୍ରୀ : ଏ ଲିଜେଣ୍ଡ ଏଣ୍ଡ ଏ ସିମ୍ବଲ Savitri: A Legend and a Symbol (1950).
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.