ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ସଙ୍ଗମ, ୨୦୧୪ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଯତୀନ୍ କୁମାର ଅଗ୍ରୱାଲ । ସେ ମଧ୍ୟ କଥାଚିତ୍ରଟିର କାହାଣୀ ଲେଖିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ । ଅଭିଜିତ ଘଟୱାରୀ ଏବଂ ବିଜୟ ମିଶ୍ର ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ସଙ୍ଗୀତ ନିର୍ଦ୍ଦେଶକ ହରପ୍ରୀତ ସିଂହ ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ । ଗୀତିକାର ଅସୀତ୍ ପାତ୍ର କଥାଚିତ୍ରଟିର ଗୀତଗୁଡ଼ିକ ରଚନା କରିଥିଲେ । ମନୋଜ ମନୁ, ଅନ୍ତରା ମିତ୍ର, ମୋନାଲୀ, ରେକ୍ସ୍, ସୋମ୍, ଅଭିଜିତ ସାବନ୍ତ ଆଦି କଣ୍ଠଶିଳ୍ପୀମାନେ ଗୀତଗୁଡ଼ିକ ଗାଇରଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଅଗଷ୍ଟା ଏଡା କିଙ୍ଗ, କାଉଣ୍ଟେସ୍ ଅଫ୍ ଲଭ୍ଲେସ୍ (୧୦ ଡିସେମ୍ବର ୧୮୧୫-୨୭ ନଭେମ୍ବର ୧୮୫୨, ଜନ୍ମନାମ - ଅଗଷ୍ଟା ଏଡା ବାଇରନ୍) ଜଣେ ବ୍ରିଟିଶ ଗଣିତଜ୍ଞ ଥିଲେ ଏବଂ ଏଡା ଲଭ୍ଲେସ୍ ନାମରେ ଜଣାଶୁଣା । ସେ ମୁଖ୍ୟତଃ ଭାବେ ଚାର୍ଲସ୍ ବ୍ୟାବେଜ୍ଙ୍କଦ୍ୱାରା ଆଦ୍ୟ ନିର୍ମିତ ଯାନ୍ତ୍ରିକ କମ୍ପ୍ୟୁଟର ଆନାଲିଟିକାଲ୍ ଇଞ୍ଜିନ ଉପରେ ଅନେକ କାର୍ଯ୍ୟ କରିଥିଲେ । ତାଙ୍କଦ୍ୱାରା ପ୍ରସ୍ତୁତ ନୋଟ୍ ବା ତମସୁକ ଗୁଡ଼ିକୁ କୌଣସି ଏକ ଯନ୍ତ୍ର ବା ମେସିନ ଉଦ୍ଦେଶ୍ୟରେ ଲିଖିତ ପ୍ରଥମ ଆଲ୍ଗୋରିଦମ୍ ବୋଲି ମାନ୍ୟତା ମିଳିଛି ଏବଂ ସେଥି ନିମନ୍ତେ ଏଡାଙ୍କୁ ପୃଥିବୀର ପ୍ରଥମ କମ୍ପ୍ୟୁଟର ପ୍ରୋଗ୍ରାମର କୁହାଯାଇଥାଏ ।
ଗୋସାଣୀ ଯାତ୍ରା (ଗୋଷାଣୀ ଯାତ) ପୁରୀର ଏକ ପ୍ରସିଦ୍ଧ ପର୍ବ । ଦଶହରା ସମୟରେ ଦୁର୍ଗାପୂଜାକୁ ପୁରୀରେ ଗୋଷାଣି ଯାତ୍ରା ଭାବେ ପାଳନ କରାଯାଏ । ପୁରୀରେ ଥିବା ଅନେକ ସ୍ଥାନରେ ମା' ଦୁର୍ଗାଙ୍କର ମୃଣ୍ମୟୀ ମୂର୍ତ୍ତିପୂଜା ପାଆନ୍ତି। ମହିଷାସୁରର ପତ୍ତନ ପରେ ଦୁର୍ଗାଙ୍କ ସହଚରୀ ଯୋଗିନୀମାନେ ବିଭିନ୍ନ ପୀଠରେ ଅବସ୍ଥାନ କଲେ । ଏହି ମାନଙ୍କ ରୂପକୁ ଗୋସାଣୀ କୁହାଯାଏ । ଗୋସାଣୀମାନଙ୍କ ମୃଣ୍ମୟୀ ମୂର୍ତ୍ତି ଦୁର୍ଗାମୂର୍ତ୍ତିଙ୍କ ଠାରୁ ଭିନ୍ନ। ସପ୍ତମୀଠାରୁ ମହାନବମୀ ପର୍ଯ୍ୟନ୍ତ ମାଆ ଦୁର୍ଗାଙ୍କର ପୂଜା ହେଉଥିବା ବେଳେ ଏହି ଯୋଗିନୀମାନଙ୍କର ପୂଜା ସପ୍ତମୀ ଏକାଦଶୀ ପର୍ଯ୍ୟନ୍ତ ହୁଏ। ଶ୍ରୀକ୍ଷେତ୍ରରେ ଗୋସାଣୀମାନଙ୍କ ଭିନ୍ନ ଭିନ୍ନ ଯଥା କାକୁଡ଼ିଖାଇ, ବାରହାଟି, ଜହ୍ନିଖାଇ, ଶୂନ୍ୟଗୋସାଣୀ, ବଜ୍ରକୋଟ, କଣ୍ଟାକାଢି, ପଣାପ୍ରିୟା, ବେଳବାଇ, ହଜୁରି, ନାଗକୋଟ ଇତ୍ୟାଦି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଦୂତୀ ବାହନ ଓଷା (ଦୁତିଆ ଓଷା, ଦୂତୀଆ ଓଷା, ପୁଅ ଜିଉଁତିଆ ଓଷା, ଦୁତିବାମନ ଓଷା ବା ଜୀମୂତବାହନ ଉପବାସ ନାମରେ ମଧ୍ୟ ଜଣା) ଓଡ଼ିଶାରେ ପାଳିତ ଏକ ଓଷା । ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଏହା ଭିନ୍ନ ଭିନ୍ନ ନାମରେ ଜଣାଶୁଣା । ଓଡ଼ିଶାର ପଶ୍ଚିମାଞ୍ଚଳରେ ଏହା "ପୁଅ ଜିଉଁତିଆ" ନାମରେ ଏକ ମୁଖ୍ୟ ଓଷା ଭାବେ ପାଳିତ ହେଉଥିବା ବେଳେ ବାକି କେତେକ ସ୍ଥାନରେ "ଦୁତିଆ/ଦୂତୀଆ" ବା "ଦୂତୀ ବାହନ ଓଷା" ନାମରେ ପାଳିତ । ଜନନୀମାନେ ପୁଅର ଦୀର୍ଘ ଜୀବନ କାମନା କରି ଏବଂ ବିବାହିତା ନାରୀ, ବନ୍ଧ୍ୟା ଓ ପୁତ୍ରହରା ନାରୀମାନେ ପୁତ୍ରଲାଭ କରିବା ଆଶାରେ ଏହି ନିର୍ଜଳା ଉପବାସ କରି ଓଷା ପାଳନ କରିଥାନ୍ତି । ଏହା ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ପାଳିଯତ ହୋଇଥାଏ । ଏହି ଦିନ ମା'ମାନେ ସାରାଦିନ ଜଳସ୍ପର୍ଶ ନ କରି ଉପବାସ କରିଥାନ୍ତି । କେତେକ ସ୍ଥାନରେ ଭାଇମାନଙ୍କର ଶୁଭମନାସୀ ଭଉଣୀମାନେ ଏ ପ୍ରକାର ଓଷା କରୁଥିବାର ଦୃଷ୍ଟାନ୍ତ ରହିଛି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ଦେବଶିଳ୍ପୀ ବିଶ୍ୱକର୍ମା ସମସ୍ତ ଶିଳ୍ପ ଓ ଶିଳ୍ପୀଙ୍କ କୁଳଦେବତା ।ପୁରାଣମତେ ସେ ଅଷ୍ଟମ ବସୁଦେବତା ପ୍ରଭାସଙ୍କ ଔରସରେ ଯୋଗସିଦ୍ଧାଙ୍କ ଗର୍ଭରୁ ଜନ୍ମଗ୍ରହଣ କରିଥିଲେ । ମତାନ୍ତରେ ପ୍ରଜାପିତା ବ୍ରହ୍ମାଙ୍କ ନାଭି କମଳରୁ ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ଜନ୍ମ । ଚତୁର୍ଭୁଜ ବିଶ୍ଵକର୍ମା, ବାମ ଉପର ହାତରେ ବଟାଳି ଓ ବାମ ତଳ ହାତରେ ମାର୍ତ୍ତୁଲି, ଦକ୍ଷିଣ ଉପର ହାତରେ ଚକ୍ର ଓ ତଳ ହାତରେ ଆଶୀର୍ବାଦ କରୁଥିବାର ଦୃଷ୍ଟିଗୋଚର ହେଇଥାନ୍ତି । ଦିବ୍ୟ ବସ୍ତ୍ର ପରିହିତ ଗଳାରେ ରତ୍ନହାର, ଅନୁପମ ରତ୍ନଅଳଙ୍କାରରେ ବିଭୂଷିତ, କର୍ଣ୍ଣରେ ମକର କୁଣ୍ଡଳ । ସେ ଜ୍ଞାନ ଓ ଅବସ୍ଥାରେ ସମୃଦ୍ଧ ହୋଇଥିଲେ ମଧ୍ୟ କିଶୋର ପରି ପ୍ରତିଭାତ । ଅତ୍ୟନ୍ତ ସୁନ୍ଦର ତେଜସ୍ୱୀ କାମଦେବଙ୍କ ପରି କାନ୍ତିମାନ ଅଟନ୍ତି । ବିଶ୍ୱକର୍ମା ସକଳ ଶିଳ୍ପକଳାର ଜନକ । ବ୍ରହ୍ମାଙ୍କ ନିର୍ଦ୍ଦେଶରେ ବିଶ୍ୱକର୍ମା ସମଗ୍ର ସୃଷ୍ଟି ରଚନା କରିଥିଲେ । ଦେବତାମାନଙ୍କର ସମସ୍ତ ଶସ୍ତ୍ର ବିମାନ ଆଦି ଏହାଙ୍କଦ୍ୱାରା ବିନିର୍ମିତ । ସ୍ୱର୍ଗର ଅମରାବତୀ ହିଁ ତାଙ୍କ ନିର୍ମାଣର ଶ୍ରେଷ୍ଠ ନିଦର୍ଶନ ।
ଓଡ଼ିଆ ଭାଗବତ ଜଗନ୍ନାଥ ଦାସଙ୍କ ରଚିତ ଓଡ଼ିଆ ଭାଷାର ଏକ ପୁରାତନ ସାହିତ୍ୟିକ ପୁରାଣ କୃତି । ଏହା ୧୪ଶ ଶତାବ୍ଦୀରେ ରଚିତ ।, ଭାଗବତ ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ଏହି ପୋଥିମାନଙ୍କୁ ଏକାଠି କରି ତାହାକୁ ଛପା ବହି ଆକାରରେ ପ୍ରକାଶ କରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଟୁଙ୍ଗି ଓ ଭାଗବତ ଗାଦି/ଭାଗବତ ଗୋସାଇଁ ଆଦି ସାମୁହିକ ଭାଗବତ ପାଠ ପାଇଁ ରହିଥିଲା । ଜଗନ୍ନାଥଙ୍କ ପାଖେ ମଧ୍ୟ ଭାଗବତ ପଢ଼ାଯାଏ । ଏହା ଆଗ କାଳରେ ଭାଗବତ ଟୁଙ୍ଗି ମାନଙ୍କରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ହେତୁ ଏହା ଓଡ଼ିଆ ଘର ମାନଙ୍କରେ ବୋଲାଯାଇଥାଏ । ଭାଗବତ ପ୍ରତି ଓଡ଼ିଆ ଘରେ ସନ୍ତାନ ଜନ୍ମ ହେବା ଏନ୍ତୁଡ଼ିଶାଳରେ, ମୁମୂର୍ଷର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ, ମହାମାରୀ, ହଇଜା ଓ ଗ୍ରାମର ଅନିଷ୍ଟ ଆଶଙ୍କା ଭୟରେ ଭାଗବତ ପାଠ କରାଯାଉଥିଲା ।
ମହାମାୟୀ ଦୁର୍ଗା ସମଗ୍ର ଦେବକୁଳର ସର୍ବୋତ୍ତମ ଅସ୍ତ୍ରଗୁଡିକର ଅଧିକାଅରିଣୀ । ସେ ମଧ୍ୟ ସେସବୁ ଅସ୍ତ୍ରର ପ୍ରୟୋଗକାରିଣୀ । ପଶୁରାଜ ସିଂହ ଦୁର୍ଗାଙ୍କ ବାହାନ । ତାଙ୍କ ଅଙ୍ଗଭୂଷଣ ତଥା ଅଙ୍ଗରକ୍ଷୀ ଭାବେ କାର୍ଯ୍ୟ କରୁଛନ୍ତି ବିଷଧର ନାଗକୁଳ । ମାର୍କଣ୍ଡେୟ ପୁରାଣ ଅନ୍ତର୍ଗତ ‘ଚଣ୍ଡୀ’ରେ କୁହାଯାଇଛି ଭଗବତୀ ଚଣ୍ଡିକା ମହାମାୟା ଏବଂ ସନାତନୀ ଦେବୀ ହେଇଥିଲେ ହେଁ ବିଶ୍ଵର କଲ୍ୟାଣ ପାଇଁ ସେ ବାରମ୍ବାର ଆବିର୍ଭୂତା ହୋଇଥାନ୍ତି । ପ୍ରତ୍ୟେକ ମନୁଷ୍ୟର ଶରୀରରେ ଆଦ୍ୟାଶକ୍ତି କୁଳକୁଣ୍ଡଳିନୀ ରୂପେ ବିରାଜିତା । ସୃଷ୍ଟିର ପ୍ରଥମ ଉଚ୍ଚାରଣ ମା’ । ସେ ଗର୍ଭଧାରିଣୀ ଲାଳନପାଳନ କର୍ତ୍ତ୍ରୀ ତଥା ତ୍ୟାଗ,ଦୟା,ଦୟା, କ୍ଷମା ଓ ମମତାର ପ୍ରତୀକାତ୍ମକ ରୂପ । ମା’ଙ୍କର ଉପାସନା ଇତିହାସର ବର୍ଗବନ୍ଧନୀଠାରୁ ମଧ୍ୟ ବହୁ ପୁରାତନ । ଆଦ୍ୟାଶକ୍ତି ଭାବେ ସେ ସର୍ବଶକ୍ତିମୟୀ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ସ୍ଵାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ଵ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ଵଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ଵଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ଵନାଥ ଦତ୍ତ ଓ ଭୁବନେଶ୍ଵରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ଵାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ଗେରୁଆ ପୋଷାକ ଧାରଣ କରିଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ଵରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
କବି ବୈକୁଣ୍ଠନାଥ ପଟ୍ଟନାୟକ ସବୁଜଗୋଷ୍ଠୀର (ସବୁଜ ଯୁଗ)ର ଜଣେ କବି ଥିଲେ । ସେ ୧୯୦୪ ମସିହା ସେପ୍ଟେମ୍ବର ୧୪ ତାରିଖରେ ବଡ଼ମ୍ବାର କୃଷିପ୍ରେମୀ, ସ୍ୱାଧୀନଚେତା ସୁମନ୍ତ ପଟ୍ଟନାୟକଙ୍କ ପୁତ୍ରଭାବେ ଜନ୍ମ ଗ୍ରହଣ କରିଥିଲେ। ସେହି ବଡ଼ମ୍ବାରେ ରହୁଥିବା ତାଙ୍କ ପିଉସା ଦୀନବନ୍ଧୁ ପଟ୍ଟନାୟକ ନିଃସନ୍ତାନ ଥିବାରୁ ସେ ତାଙ୍କର ପୋଷ୍ୟପୁତ୍ର ଭାବେ ତାଙ୍କ ଗୃହରେ ସାରାଜୀବନ ଅତିବାହିତ କରିଥିଲେ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ସୌଭାଗ୍ୟ କୁମାର ମିଶ୍ର (ଜନ୍ମ: ୧୯୪୧) ବ୍ରହ୍ମପୁର, ଓଡ଼ିଶାରେ ଜନ୍ମିତ ଜଣେ କବି । ୧୯୫୫ ମସିହାରୁ ଲେଖି ଆସୁଥିବା, ସୌଭାଗ୍ୟ ମିଶ୍ର ୨୫ରୁ ଊର୍ଦ୍ଧ୍ଵ ପୁସ୍ତକ ରଚନା କରିସାରିଛନ୍ତି । ଇଂରାଜୀ ଭାଷା ସାହିତ୍ୟରେ ସ୍ନାତକୋତ୍ତର ଡିଗ୍ରୀ ପ୍ରଥମ ଶ୍ରେଣୀରେ ପ୍ରଥମ ସ୍ଥାନ ଓ ଡକ୍ଟରେଟ ଉପାଧି ହାସଲ କରିବା ପରେ କଲେଜରେ ଅଧ୍ୟାପନା ଅାରମ୍ଭ କରିଥିଲେ । ବିଜେବି କଲେଜ ଓ ରେଭେନ୍ସା ମହାବିଦ୍ୟାଳୟ ଆଦିରେ ଶିକ୍ଷାଦାନ କରିବା ପରେ, ୧୯୭୮ରୁ ୨୦୦୧ ଯାଏଁ ବହ୍ମପୁର ବିଶ୍ୱବିଦ୍ୟାଳୟର ସ୍ନାତକୋତ୍ତର ଇଂରାଜୀ ବିଭାଗରେ ପ୍ରଫେସର ଭାବେ କାର୍ଯ୍ୟରତ ଥିଲେ । ୧୯୮୬ ମସିହାରେ ତାଙ୍କ କବିତା ସଂକଳନ "ଦ୍ୱା ସୁପର୍ଣ୍ଣା' ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ ।
କୁଙ୍କୁମ ମହାନ୍ତି ଜଣେ ଖ୍ୟାତନାମା ଓଡ଼ିଶୀ ନୃତ୍ୟଶିଳ୍ପୀ ଅଟନ୍ତି । ସେ ୧୯୪୬ ମସିହା ସେପ୍ଟେମ୍ବର ୧୦ତାରିଖ ଦିନ କଟକଠାରେ ଜନ୍ମଗ୍ରହଣ କରିଥିଲେ । ସେ କଳା ବିକାଶ କେନ୍ଦ୍ରରେ ଗୁରୁ କେଳୁଚରଣ ମହାପତ୍ରଙ୍କ ନିକଟରୁ ଓଡ଼ିଶୀ ନୃତ୍ୟ ଶିକ୍ଷାଲାଭ କରିଥିଲେ । ସେ ନିଜ ଅଭିନୟ ନିମନ୍ତେ ପରିଚିତ । ସେ ରାଜ୍ୟ ସରକାରଙ୍କ ସଂସ୍କୃତି ବିଭାଗର ସ୍ଵତନ୍ତ୍ର ସଚିବ ଭାବେ କାର୍ଯ୍ୟ କରିଅଛନ୍ତି । ସଂପ୍ରତି ସେ ନିଜ ନୃତ୍ୟାନୁଷ୍ଠାନ ଗୀତଗୋବିନ୍ଦରେ ଛାତ୍ରଛାତ୍ରୀମାନଙ୍କୁ ଓଡ଼ିଶୀ ନୃତ୍ୟ ତାଲିମ ପ୍ରଦାନ କରୁଅଛନ୍ତି । କୁମକୁମ୍ ମହାନ୍ତି ଓଡିଶୀ ନୃତ୍ୟ କ୍ଷେତ୍ରରେ ଏକ ବିଶିଷ୍ଟ ନାମ । ଓଡିଶୀ ନୃତ୍ୟର ପ୍ରଚାର ଏବଂ ପ୍ରସାର କ୍ଷେତ୍ରରେ ତାଙ୍କର ବିଶେଷ ଅବଦାନ ରହିଛି । ୧୯୫୦ରୁ ୧୯୬୦ରେ ଯେଉଁ ଅଳ୍ପ କେତେଜଣ ଗୁରୁ ଓ ନୃତ୍ୟଶିଳ୍ପୀ ଏହି ନୃତ୍ୟକୁ ଜାତୀୟ ଏବଂ ବିଶ୍ୱ ସ୍ତରରେ ପରିଚୟ ଦେଇଥିଲେ ସେମାନଙ୍କ ମଧୁରେ କୁମକୁମ୍ ମହାନ୍ତି ଅନ୍ୟତମ । ଓଡିଶୀ ନୃତ୍ୟର କିମ୍ବଦନ୍ତୀ ପୁରୁଷ ଗୁରୁ କେଳୁଚରଣ ମହାପାତ୍ରଙ୍କ ଅନ୍ୟତମ ଶିଷ୍ୟା ଭାବରେ କୁମକୁମ୍ ଆଜି ମଧ୍ୟ ନୃତ୍ୟ ପରିବେଷଣ ଏବଂ ନୃତ୍ୟ ସଂରଚନା କ୍ଷେତ୍ରରେ ସକ୍ରିୟ ରହିଛନ୍ତି । ଅନେକ ଶିଷ୍ୟ ଶିଷ୍ୟା ଗଢି ଏବଂ ଅନେକ ନୂଆ ଚିନ୍ତା ଏବଂ ଚେତନାକୁ ନୃତ୍ୟରେ ପରିବେଷଣ କରି ସେ ଇତିହାସ ସୃଷ୍ଟି କରି ପାରିଛନ୍ତି । କୁମକୁମ୍ ମହାନ୍ତିଙ୍କ ଅଭିନୟ ଏବଂ ତାଙ୍କ ଅଙ୍ଗଭଙ୍ଗୀରେ ଆଜି ମଧ୍ୟ ଭରି ରହିଛି ଅପୂର୍ବ ଲାଳିତ୍ୟ ।
ଉଦୟଗିରି ଓ ଖଣ୍ଡଗିରି ଗୁମ୍ଫା ଅଧା ପ୍ରକୃତିକ ଓ ଅଧା ମଣିଷଦ୍ୱାରା ତିଆରି ଯାହାର ଐତିହାସିକ, ପୁରାତନ ତତ୍ତ୍ଵ ଓ ଧାର୍ମିକ ଗୁରୁତ୍ତ୍ଵ ରହିଛି । ଏହା ଓଡ଼ିଶାର ଭୁବନେଶ୍ଵରଠାରେ ଅବସ୍ଥିତ । ଗୁମ୍ଫାଗୁଡିକ ଦୁଇଟି ପାହାଡ଼ ଉଦୟଗିରି ଓ ଖଣ୍ଡଗିରିରେ ରହିଛି ଯାହା ହାତୀଗୁମ୍ଫାର ଶିଳାଲେଖରେ କୁମାରୀ ପର୍ବତ ନାମରେ ମଧ୍ୟ ଜଣା ଓ ଏହି ଦୁଇ ପାହାଡ଼ ଉଭୟଙ୍କ ଆଡକୁ ମୁଁହାଇ ରାସ୍ତାର ଦୁଇ ପାଖରେ ଅଛନ୍ତି ।ଖଣ୍ଡଗିରିରେ ୧୫ଟି ଗୁମ୍ଫା ଥିବାବେଳେ ଉଦୟଗିରିରେ ୧୮ଟି ଗୁମ୍ଫା ରହିଛି । ହାତୀ ଗୁମ୍ଫା ନିକଟରେ ବାରଭୁଜା ଦେବୀଙ୍କର ଏକ ମନ୍ଦିର ଅଛି।
ଗାଲିଲିଓଙ୍କ ଜନ୍ମ , ପିସାଠାରେ (ଫେବ୍ରୁୟାରୀ ୧୫ , ୧୫୬୪) ହେଇଥିଲା । (ଠିକ ସେହି ବର୍ଷ ୱିଲିୟମ ସେକ୍ସପିଅରଙ୍କ ମଧ୍ୟ ଜନ୍ମ ହୋଇଥିଲା) ଗାଲିଲିଓ ନିଜ ଛଅ ଭାଇ ଓ ଭଉଣୀଙ୍କ ଭିତରେ ବଡ ଥିଲେ । ଗାଲିଲିଓଙ୍କ ପିତା, ଭିନସେଞ୍ଜୋ ଗାଲିଲି (Vincenzo Galilei), ଇଟାଲୀର ପିସାଠାରେ ପଶମ ବ୍ୟବସାୟ କରୁଥିଲେ । ସମ୍ଭ୍ରାନ୍ତ ବଂଶରେ ଜନ୍ମ ହୋଇ ସୁଦ୍ଧା, ଆର୍ଥିକ ଅନଟନ ଯୋଗୁଁ ତାଙ୍କ ପିତା କୁଳ ଗୌରବ ରକ୍ଷାକରି ନପାରି ସଙ୍ଗୀତ ରଚନା କରି ପରିବାର ପରିପୋଷଣ କରୁଥାନ୍ତି । ଶେଷରେ ସେ ବ୍ୟବସାୟରେ ପଶିଲେ । ଗାଲିଲିଓ ସେତେବେଳେ ଛୋଟପିଲା ହୋଇଥିଲେ ମଧ୍ୟ ସଙ୍ଗୀତକୁ ଆଦରି ନେଲେ । ବଂଶୀ ବଜାଇ ଓ ଗୀତଗାଇ ସେ ସମସ୍ତଙ୍କୁ ମୁଗ୍ଧ କରି ଦେଉଥିଲେ । ସେ ଚିତ୍ର ଅଙ୍କିବାରେ ପାରଦର୍ଶୀ ଥିଲେ । ପିଲାଙ୍କ ପାଇଁ ଖେଳଣା ଓ କଣ୍ଢେଇ ମଧ୍ୟ ତିଆରି କରୁଥିଲେ । ଯିଏ ଦେଖୁଥିଲା ତାଙ୍କ ହାତର ପ୍ରଶଂସା ନକରି ରହିପାରୁନଥିଲା ।
ପ୍ରାୟାପିଜ୍ମ (ଇଂରାଜୀ ଭାଷାରେ Priapism) ଏକ ଅବସ୍ଥା ଯେଉଁଥିରେ ବିନା ଉତ୍ତେଜନାରେ ବା ଉତ୍ତେଜନା ଶେଷରେ ପୁରୁଷ ଲିଙ୍ଗ (penis) ଉଦ୍ଧତ (erect) ହୋଇ ରହେ । ତିନୋଟି କାରଣ ଯୋଗୁ ଏହା ହୋଇପାରେ, ଯଥା:- ରକ୍ତ ଅଭାବ (ischemic ବା low-flow), ଅଧିକ ରକ୍ତ ପ୍ରବାହ (nonischemic ବା high-flow) ଓ ପୁନଃପୌନିକ ରକ୍ତାଭାବ । ଅଧିକାଂଶ କେଶ୍ ରକ୍ତାଭାବ ଯୋଗୁ ହୁଏ । ରକ୍ତାଭାବ ପ୍ରାୟାପିଜ୍ମ ହେଲେ କଷ୍ଟ ହୁଏ ଓ ରକ୍ତାଭାବ ନ ହେଲେ କଷ୍ଟ ହୁଏନି । ରକ୍ତାଭାବ ଅବସ୍ଥାରେ ଲିଙ୍ଗର ଅଧିକାଂଶ ଅଂଶ କଠିନ ହୋଇଯାଏ କିନ୍ତୁ ଲିଙ୍ଗ ମୁଣ୍ଡି (glans penis) କଠିନ ହୁଏନି । ଅଣରକ୍ତାଭାବ କେଶ୍ରେ ସମୁଦାୟ ଲିଙ୍ଗ କିଛି ପରିମାଣରେ କଠିନ ହୋଇଯାଏ ।
ଗୋପାଳ ଚନ୍ଦ୍ର ପ୍ରହରାଜ (୧୮୭୪-୧୯୪୫) ଜଣେ ଖ୍ୟାତନାମା ଓଡ଼ିଆ ଭାଷାବିଦ, ଲେଖକ ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ଏକ ସମ୍ଭ୍ରାନ୍ତ ଜମିଦାର ବ୍ରାହ୍ମଣ ପରିବାରରେ ହୋଇଥିଲା । ପେଷାରେ ଜଣେ ଓକିଲ ହୋଇଥିଲେ ମଧ୍ୟ ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
କାଳିଜାଇ ମନ୍ଦିର ଓଡ଼ିଶାର ଚିଲିକା ହ୍ରଦର ଏକ ଛୋଟ ଦ୍ବୀପ ମଧ୍ୟରେ ଅବସ୍ଥିତ। ନୀଳ ଜଳର ଚଦରରେ ଆବୃତ ହୋଇ ଥିବା ଏହି ପବିତ୍ର ସ୍ଥାନ ଓଡ଼ିଶା ପର୍ଯ୍ୟଟନର ଏକ ଐତିହାସିକ କିମ୍ବଦନ୍ତୀ ଭାବେ ଜଣାଶୁଣା। ପ୍ରାୟ ୨୯ ଏକର ପାହାଡରେ ପରିପୂର୍ଣ୍ଣ ଏ ଦ୍ବୀପରେ ମା’ କାଳିଜାଇ ପୂଜା ପାଉଛନ୍ତି । କାଳିଜାଇ ଚିଲିକାର ଏକ ସ୍ଵତନ୍ତ୍ର ଆକର୍ଷଣ । ପ୍ରତିବର୍ଷ ଲକ୍ଷ ଲକ୍ଷ ଲୋକ ଏଠାକୁ ମା’ଙ୍କ ଦର୍ଶନ ପାଇଁ ଆସିଥନ୍ତି । ମକର ସଂକ୍ରାନ୍ତିରେ କାଳିଜାଇ ପୀଠରେ ପ୍ରସିଦ୍ଧ ମକରମେଳା ଅନୁଷ୍ଠିତ ହୁଏ । ଜାନୁଆରୀ ମାସରେ ପଡୁଥିବା ମକରମେଳା ଏଠାକାର ଏକମାତ୍ର ଲୋକପ୍ରିୟ ପର୍ବ । ଏହି ପର୍ବରେ ଆଖପାଖ ଅଞ୍ଛଳର ହଜାର ହଜାର ଭକ୍ତଙ୍କ ସମାଗମ ହୋଇଥାଏ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ବେଦ ହିନ୍ଦୁ ଧର୍ମର ମୁଖ୍ୟ ଧର୍ମଗ୍ରନ୍ଥ ଏବଂ ସଂହିତା,ବ୍ରାହ୍ମଣଭାଗ,ଆରଣ୍ୟକ,ଉପନିଷଦ,ବେଦାଙ୍ଗ,ଉପବେଦର ସମୂହକୁ ବୁଝାଇଥାଏ । ଋଷିମାନେ ଏହକୁ ଶୁଣିକରି ମନେରଖୁଥିବାରୁ ଏହାର ଅନ୍ୟନାମ ଶ୍ରୁତି,ଏହି ବେଦ ପରମ୍ପରାକୁ ମାନୁଥିବା ସନାତନହିନ୍ଦୁ ଧର୍ମୀଙ୍କୁ ଶ୍ରୌତୀ ବା ଶ୍ରୋତ୍ରୀୟ କୁହଯାଏ । ପ୍ରତ୍ୟେକ ବେଦର ନିଜସ୍ଵ ସଂହିତା,ବ୍ରାହ୍ମଣ,ଉପନିଷଦ,ଆରଣ୍ୟକ,ବେଦାଙ୍ଗ ଓ ଉପବେଦ ରହିଛି ।
ଶ୍ରାଦ୍ଧକର୍ମରେ ଅନ୍ତରର ଶ୍ରଦ୍ଧା ହେଉଛି ମୁଖ୍ୟ । ଅନ୍ତରର ଶ୍ରଦ୍ଧା ନଥାଇ କୌଣସି କାର୍ଯ୍ୟ ଫଳଦାୟକ ହୁଏ ନାହିଁ । ଜଣେ ଗୃହସ୍ଥ ପକ୍ଷରେ ବର୍ଷକ ମଧ୍ୟରେ ଚାରିଗୋଟି ଶ୍ରାଦ୍ଧ ସ୍ୱତନ୍ତ୍ର ଭାବେ କରିବାର ବ୍ୟବସ୍ଥା ଅଛି, ଯଥା: ପିତୃଶ୍ରାଦ୍ଧ, ମାତୃଶ୍ରାଦ୍ଧ, ମହାଳୟା ଶ୍ରାଦ୍ଧ ଓ ଦୀପଦାନ ବା ପୟାଶ୍ରାଦ୍ଧ । ପ୍ରତିବର୍ଷ ଆଶ୍ୱିନ ମାସ କୃଷ୍ଣପକ୍ଷ ପ୍ରତିପଦା ତିଥିଠାରୁ ଅପରପକ୍ଷ ଆରମ୍ଭ ହୋଇ ସେହି ମାସର ଅମାବାସ୍ୟା ତିଥିରେ, ମହାଳୟା ଶ୍ରାଦ୍ଧ ପରେ, ପିତୃପକ୍ଷର ପରିସମାପ୍ତି ହୁଏ । ଏହି ପିତୃପକ୍ଷରେ ପ୍ରତ୍ୟେକ ଦିନ ପାର୍ବଣ ଶ୍ରାଦ୍ଧ ମହାଳୟା ବିଧିବିଧାନରେ କରଣୀୟ । ଏହି ପକ୍ଷରେ ପିତୃପୁରୁଷମାନେ ନିଜନିଜର ଆତ୍ମୀୟମାନଙ୍କଠାରୁ ତିଳୋଦକ ଓ ଅନ୍ନବ୍ୟଞ୍ଜନ ପାଇବାକୁ ଆଗ୍ରହୀ ଥାଇ ମର୍ତ୍ତ୍ୟମଣ୍ଡଳକୁ ଅବତରଣ କରିଥାନ୍ତି । ପ୍ରତ୍ୟେକ ଦିନ ତର୍ପଣ, ଶ୍ରାଦ୍ଧ ଓ ପିଣ୍ଡଦାନ କରି ତୃପ୍ତି କରିବାର ଅନୁକୂଳ ସମୟ । ଅସୁବିଧାବଶତଃ ପ୍ରତ୍ୟେକ ଦିନ ଶ୍ରାଦ୍ଧ ନ କରି ପାରିଲେ ଅନ୍ତତଃପକ୍ଷେ ପିତାଙ୍କର ଦେହାନ୍ତ ଯେଉଁ ତିଥିରେ ହୋଇଥିବ, ସେହିଦିନ ଶ୍ରାଦ୍ଧ କରିବା ବିଧେୟ । କିନ୍ତୁ ଅମାବାସ୍ୟା ପର୍ଯ୍ୟନ୍ତ ପ୍ରତ୍ୟେକ ଦିନ ତର୍ପଣ ଚାଲୁ ରଖିବାକୁ ହେବ । ପ୍ରତ୍ୟହ ତର୍ପଣ ପରେ ବୈଶ୍ୱଦେବ କରିବା ଉଚିତ, କାରଣ ବୈଶ୍ୱଦେବ ଏକପ୍ରକାର ଶ୍ରାଦ୍ଧର ଅନ୍ତର୍ଗତ । ଯେଉଁ ଗୃହସ୍ଥଙ୍କ ପିତା ପୂର୍ଣ୍ଣିମା ତିଥିରେ ମୃତ୍ୟୁବରଣ କରିଥିବେ, ତାଙ୍କ ଉଦ୍ଦେଶ୍ୟରେ ଅମାବାସ୍ୟା ଦିନ ମହାଳୟା ବିଧିରେ ଶ୍ରାଦ୍ଧ କରାଯିବ ।
ପ୍ରଯୁକ୍ତି ବିଦ୍ୟା ବା ଟେକ୍ନୋଲୋଜି ଶବ୍ଦଟି ପ୍ରାଚୀନ ଗ୍ରୀକ ଶବ୍ଦାଦ୍ଵୟ τέχνη, techne, "କଳା, କୌଶଳ, ହାତର ଚମତ୍କାରିତା"; ଏବଂ -λογία, -logia "ଅଧ୍ୟୟନ"ରୁ ଅସିଛି । ଏହା ବ୍ୟବହାରିକ ବିଜ୍ଞାନକୁ ସୁଚାଇଥାଏ । କୌଣସି ସମସ୍ୟାର ସମାଧାନ, ପୂର୍ବରୁ ପ୍ରଚଳିତ ସମାଧାନର ଉନ୍ନତି କିମ୍ବା ଜୀବନ ଧାରଣ ମାନରେ ଉନ୍ନତି ପାଇଁ କୌଣସି ଏକ ଯନ୍ତ୍ର, ଉପକରଣ, କଳା କିମ୍ବା କୌଶଳର ଗଠନ, ପରିବର୍ତ୍ତନ, ବ୍ୟବହାର ଓ ଜ୍ଞନ ଆହରଣକୁ ଆମେ ପ୍ରଯୁକ୍ତି ବିଦ୍ୟା କହିଥାଉ ।
"ତୁମ ପରି ଛୋଟ ପିଲାଟିଏ" ଡ. ଜଗନ୍ନାଥ ମହନ୍ତିଙ୍କ ଲିଖିତ ଚିଲିକା ଦର୍ଶନ(କବିତା)ର ଅଂଶ <poem> ତୁମ ପରି ଛୋଟ ପିଲାଟିଏ ଗାଆଁ ଚହାଳୀର ଚାଟ ସିଏ ଚେହେରାଟି ତାର ଡଉଲ ଡାଉଲ ପାଠରେ ତାହାର ସରି କିଏ ? ॥୧॥ ଛାଡି ଯାଇଥିଲା ଦିନେ ଝଡି ବାହାରିଲା ସିଏ ପାଠ ପଢି ବାଟେ ଯାଉଯାଉ ଖସିଗଲା ଗୋଡ ମୁଁହ ମାଡି ତଳେ ଗଲା ପଡି । ॥୨॥ ଗୁରୁଜୀ ଦେଖିଲେ ଦେହ ତାର ପାଣି କାଦୁଅରେ ସର ସର ତିଳେହେଁ ସେଥିକୁ ଖାତିରି ନକରି ଆସିଛି ହୋଇ ସେ ତର ବର । ॥୩॥ ପଚାରିଲେ ଗୁରୁ ଏକି ହେଲା ଏତେ ସରି ତୋତେ କିଏ କଲା ପିଲାଟି କହିଲା ବେଗେ ଆସୁଆସୁ କାଦୁଆରେ ଗୋଡ ଖସିଗଲା । ॥୪॥ ହେଲା ଦଶହରା ଛୁଟି ବେଳ ପିଲାଟି ସଭିଙ୍କି କଲା ମେଳ ମାଟି ଗୋଡି ବାଲି ପକାଇ ସଭିଏଁ ଗାଆଁ ମାଟି କଲେ ସମତୁଲ । ॥୫॥ ଏହା ଦେଖି ଲୋକେ ହେଲେ କାବା ଡକାଇଲେ ଗୁରୁ ଚାଟସଭା କହିଲେ ଏଭଳି ଭଲକାମ କଲେ ନିଶ୍ଚେ ଆମେ ଦିନେ ବଡହେବା । ॥୬॥ ବଡ ହେଲା ଦିନେ ସେହି ପିଲା ମଧୁ ବାରିଷ୍ଟର ବୋଲାଇଲା ଦେଶ ପାଇଁ କେତେ କାମ କରି ସିଏ କାଳେ କାଳେ ଯଶ ରଖିଗଲା । ॥୭॥ କହିଲା ଜାତିର କାନେ କାନେ ଉଠିବୁ ଆଉ ତୁ କେତେ ଦିନେ ପୂରୁବ ଗୌରବ ପୂରୁବ ମହିମା ପଡୁନାହିଁ କିରେ ତତେ ମନେ ?
ଜୀବ ବିଜ୍ଞାନ ଦୁଇଟି ଶବ୍ଦକୁ ନେଇ ଗଠିତ, ଜୀବ ଓ ବିଜ୍ଞାନ । ଜୀବ କହିଲେ ପୃଥିବୀରେ ବାସକରୁଥିବା ଯେ କୌଣସି ଜୀବନ୍ତ ପ୍ରାଣୀ ବା ଉଦ୍ଭିଦକୁ ବୁଝାଏ ଏବଂ ଜୀବ ବିଜ୍ଞାନ ସେମାନଙ୍କ ବିଷୟରେ ବିଜ୍ଞାନ ଜ୍ଞାନ ପ୍ରଦାନ କରେ । ବିଜ୍ଞାନର ଯେଉଁ ବିଭାଗରେ ଜୀବଜନ୍ତୁ ଏବଂ ସେମାନଙ୍କ ଗୁଣ, ଧର୍ମ ଓ ବିଶେଷତ୍ଵ ବିଷୟରେ ଆଲୋଚନା କରାଯାଏ ତାହାକୁ ଜୀବବିଜ୍ଞାନ କୁହାଯାଏ । ଏହା ଏକ ବିସ୍ତୃତ ବିଷୟ ଯାହାକି ପାଞ୍ଚୋଟି ମୂଖ୍ୟ ମତ ଉପରେ ଆଧାରିତ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ଵଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
କ୍ରିଏଟିଭ କମନ୍ସ(ସିସି) ଏକ ଆମେରିକୀୟ ଅଣଲାଭକାରୀ ସଂସ୍ଥା ଯାହା ରଚନାତ୍ମକ କାମକୁ ଆଇନଗତ ଭାବେ ବାଣ୍ଟିବା ଓ ବ୍ୟବହାର କରିବାରେ ସାହାୟତା କରେ। ଏହି ସଂସ୍ଥା କପିରାଇଟ ଲାଇସେନ୍ସ ରୂପରେ କ୍ରିଏଟିଭ କମନ୍ସ ଲାଇସେନ୍ସ ବା ସିସି ଲାଇସେନ୍ସ ପ୍ରକାଶିତ କରିଛି ଯାହା ନିଶୁଳ୍କ ଭାବେ ବ୍ୟବହାର କରିହେବ। ଏହି ଲାଇସେନ୍ସ ସ୍ରଷ୍ଠାକୁ କିଛି ଅଧିକାର ରଖିବାରେ ସାହାୟତା କରେ। ସହଜରେ ବ୍ୟବହାରକାରୀକୁ ଲାଇସେନ୍ସ ବିଷୟରେ ବୁଝେଇବା ପାଇଁ କିଛି ପ୍ରତୀକ ମଧ୍ୟ ବ୍ୟବହାର କରାଯାଏ। କ୍ରିଏଟିଭ କମନ୍ସ କପିରାଇଟର ଅନ୍ୟ ରୁପ ନୁହଁ କିନ୍ତୁ ତା ଉପରେ ଆଧାରିତ ଅଟେ।
ଏହା ବାଡ଼ି ଖେଳ ବା ଲଉଡ଼ି ଖେଳ ନାମରେ ଜଣା । କେତକ ସ୍ଥାନରେ ଏହାକୁ ଦାଣ୍ଡି ଖେଳ ମଧ୍ୟ କୁହାଯାଏ । ସାରା ଓଡ଼ିଶାର ଗୋପାଳ ସଂପ୍ରଦାୟ ଏହାକୁ ପାଳନ କରିଥାନ୍ତି । ଏହା ଓଡ଼ିଶାର ଏକ ପାରମ୍ପରିକ ଲୋକ କଳା । ଏହା ଯାଦବ ବହୁଳ ଉତ୍ତର ପ୍ରଦେଶରେ ମଧ୍ୟ ଦେଖାଯାଏ ନାହିଁ । କିପରି ଏକ ଭିନ୍ନ ସାମରିକ ଖେଳ ଓଡ଼ିଶାରେ ପ୍ରଚଳିତ ଥିଲା ଏବେ ବି ଏହାର ପୃଷ୍ଠଭୂମି ଅନେକଙ୍କୁ ଅଗୋଚର ।
ଝାନସୀର ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ଵାଧୀନତା ସଂଗ୍ରାମର ଜଣେ ନାୟିକା । ସ୍ଵଦେଶ ଓ ସ୍ଵଜାତିକୁ ପରାଧୀନତାର ଶକ୍ତ ବନ୍ଧନରୁ ମୁକ୍ତ କରିବା ପାଇଁ ଯେଉଁ ନାରୀମାନେ ଆଗକୁ ମାଡି ଆସିଥିଲେ ସେମାନଙ୍କ ମଧ୍ୟରେ ଲକ୍ଷ୍ମୀବାଈ ଅଗ୍ରଗଣ୍ୟା। ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗ ଚାଳନା, ଅଶ୍ଵାରୋହଣ, ବିଭିନ୍ନ୍ ପ୍ରକାର ଶାରୀରିକ ବ୍ୟାୟମ,ଦୁର୍ଦ୍ଦାନ୍ତ ହସ୍ତୀ ମାନଙ୍କୁ ଆୟତ କରିବା ଆଦି ପୁରୁଷ ସୁଲଭ କଳାରେ ସେ ପାରଙ୍ଗମ ଥିଲେ।
ମାଇକେଲ ଫାରାଡ଼େ, ଇଂରେଜ ପଦାର୍ଥ ବିଜ୍ଞାନୀ ଏବଂ ରସାୟନବିଦ ଥିଲେ । ସେ ବିଦ୍ୟୁତ୍-ସ୍ରୋତର ଚୁମ୍ବକୀୟ ପ୍ରଭାବ ଆବିଷ୍କାର କରିଥିଲେ । ସେ ବିଦ୍ୟୁତ୍-ଚୁମ୍ବକୀୟ ପ୍ରେରଣର ଗବେଷଣା କରି ତାକୁ ନିୟମଭୁକ୍ତ କରିଥିଲେ । ଏହା ଦ୍ବାରା ଡାଇନାମୋ ଏବଂ ବିଦ୍ୟୁତ୍ ମୋଟରର ନିର୍ମାଣ ହୋଇଥିଲା । ପରେ 'ଗସ' (Gauss) ଙ୍କର ବିଦ୍ୟୁତ-ଚୁମ୍ବକତ୍ଵର ଚାରି ସମୀକରଣରେ ଫାରାଡ଼େଙ୍କର ଏହି ନିୟମ ମଧ୍ୟ ମିଶିଲା । ଫାରାଡ଼େ ବିଦ୍ୟୁତ୍ ରସାୟନ ଉପରେ ମଧ୍ୟ ଅନେକ ଗବେଷଣା କରିଥିଲେ ଏବଂ ଦୁଇଟି ନିୟମ ମଧ୍ୟ ଦେଇଥିଲେ ।
ମଧୁମେହ (ଇଂରାଜୀରେ Diabetes mellitus, ସଂକ୍ଷେପରେ DM, ଡାଏବେଟିସ ନାମରେ ପରିଚିତ) ରୋଗ ମେଟାବୋଲିକ ରୋଗମାନଙ୍କ ଏକ ଦଳକୁ ନିର୍ଦ୍ଦେଶ କରାଏ ଯେଉଁଥିରେ ରକ୍ତଶର୍କରା ସ୍ତର ଉଚ୍ଚ ଥାଏ ଅନେକ ଦିନ ପର୍ଯ୍ୟନ୍ତ । ଉଚ୍ଚ ସ୍ତରର ରକ୍ତଶର୍କରା ଥିବାର ଲକ୍ଷଣମାନ: ପଲିୟୁରିଆ ବା ଘନ ଘନ ପରିସ୍ରା ହୁଏ, ପଲିଡିପ୍ସିଆ ବା ଅଧିକ ଶୋଷ ହୁଏ ଓ ପଲିଫେଜିଆ ବା ଅଧିକ ଭୋକ ହୁଏ । ଚିକିତ୍ସିତ ନ ହେଲେ ଏହି ରୋଗର ଅନେକ ଜଟିଳତା ସୃଷ୍ଟି ହୁଏ । ସେଗୁଡ଼ିକ ନାମ - ଡାଏବେଟିକ କିଟୋଏସିଡୋସିସ ଓ ନନ୍କିଟୋଟିକ ହାଇପରଅସମୋଲାର କୋମା ବା ସାଧାରଣରେ ପରିଚିତ କୋମା । ସାଂଘାତିକ ଦୀର୍ଘକାଳୀନ ଜଟିଳତା ଗୁଡ଼ିକର ନାମ - ହୃତ୍ପିଣ୍ଡରକ୍ତନଳୀ ରୋଗ, ସ୍ଟ୍ରୋକ୍, ବୃକ୍କ ଫେଲ୍, ପାଦ ଘାଆ ଓ ଡାଏବେଟିସ ଜନିତ ରେଟିନୋପାଥି
ପାଇରିମେଥାମିନ (ଇଂରାଜୀରେ Pyrimethamine), ଏକ ବିକ୍ରୟ ନାମ ଡାରାପ୍ରିମ (Daraprim), ଏକ ଔଷଧ ଯାହା ଟକ୍ସୋପ୍ଲାଜମୋସିସ (toxoplasmosis) ଓ ସିସ୍ଟୋଆଇସୋସ୍ପୋରିଆସିସ (cystoisosporiasis) ରୋଗମାନଙ୍କରେ ଲିଉକୋଭୋରିନ (leucovorin) ସହ ଦିଆଯାଏ । ଦ୍ୱତୀୟ ଧାଡ଼ିର ପ୍ରତିଷେଧ ରୂପେ ନିମୋସିସ୍ଟାଇଟିସ ଜିରୋଭେସି ନିମୋନିଆ (Pneumocystis jiroveci pneumonia ବା PCP) ରୋଗ ଭୋଗୁଥିବା ଏଚଆଇଭି/ଏଡସ ରୋଗଗ୍ରସ୍ତ ଲୋକଙ୍କୁ ଡାପସୋନ (dapsone) ଔଷଧ ସହିତ ଏହା ଦିଆଯାଏ । ଅତୀତରେ ଏହା ମ୍ୟାଲେରିଆ ରୋଗୀଙ୍କୁ ଦିଆଯାଉଥିଲା, କିନ୍ତୁ ଏହାର ପ୍ରତିରୋଧ ଯୋଗୁ ଅଧୁନା ଏହା ଦିଆଯାଉନାହିଁ । ପାଇରିମେଥାମିନ ପାଟିରେ ଦିଆଯାଏ ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ଵାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ବଳଦେବ ରଥ (୧୭୮୯ - ୧୮୪୫) ଗଞ୍ଜାମ ଜିଲ୍ଲାର ଜଣେ ଓଡ଼ିଆ ରୀତି ଯୁଗର କବି । ସେ କବିସୂର୍ଯ୍ୟ ଭାବେ ପରିଚିତ । ଏକାଧାରରେ ଜଣେ କବି ଓ ସଙ୍ଗୀତକାର ଭାବରେ କବିତା, ଚମ୍ପୂ ଆଦିର ରଚନା କରି ସ୍ଵରସଂଯୋଜନା କରିଥିଲେ । ଗଞ୍ଜାମ ଜିଲ୍ଲାର ଢୁମ୍ପା ସଙ୍ଗୀତକୁ କବିସୂର୍ଯ୍ୟ ଆରମ୍ଭ କରିଥିଲେ ଓ ଗୀତ ରଚନା କରିଥିଲେ । ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।
ଆକାଶବାଣୀ କଟକ କେନ୍ଦ୍ର ୧୯୪୮ ଜାନୁଆରୀ ୨୮ତାରିଖରେ କଟକର ମିଶନରୋଡ଼ସ୍ଥିତ ମଧୁପୁରକୋଠିଠାରେ ପ୍ରତିଷ୍ଠିତ ହୋଇଥିଲା । ସେହି ଦିନ ଠାରୁ ଆକାଶବାଣୀ କଟକ, ଓଡ଼ିଶା ତଥା ଓଡ଼ିଶା ବାହାର ଲୋକଙ୍କୁ ସୂଚନା, ଶିକ୍ଷା ଏବଂ ମନୋରଞ୍ଜନ ପ୍ରଦାନ କରିଆସିଛି । ଓଡ଼ିଶାରେ ଆକାଶବାଣୀ କେନ୍ଦ୍ର ପ୍ରତିଷ୍ଠା କରିବାରେ, ଡକ୍ଟର ହରେକୃଷ୍ଣ ମହତାବ, ଲକ୍ଷ୍ମୀନାରାୟଣ ସାହୁ, ଭୁବନାନନ୍ଦ ଦାସ, ଆର୍ତ୍ତବଲ୍ଲଭ ମହାନ୍ତି, କାଳିଚରଣ ପଟ୍ଟନାୟକ ଆଦି ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।