ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଦୁର୍ଗା ପୂଜା ହିନ୍ଦୁଧର୍ମାବଲମ୍ବୀମାନଙ୍କର ତଥା ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହି ପର୍ବର ଶେଷ ଦିନଟିକୁ ଦଶହରା ବା ବିଜୟା ଦଶମୀ ନାମରେ ପରିଚିତ । ଦୁର୍ଗା ପୂଜା ଶକ୍ତି ଉପାସନାର ପର୍ବ । ଏହା ବିଭିନ୍ନ କୁଳାଚାର ମତେ ଷୋଳଦିନ, ନଅଦିନ ବା ତିନିଦିନ ଧରି ପାଳିତ ହୁଏ । ମୁଖ୍ୟତଃ ଶରତ ଋତୁର ଆଶ୍ଵିନ ଶୁକ୍ଲପକ୍ଷ ପ୍ରତିପଦ ଠାରୁ ନବମୀ ବିଶେଷଭାବେ ଦେବୀଙ୍କ ପୂଜନର ପ୍ରକୃଷ୍ଟ ସମୟ ହୋଇଥିଲେ ହେଁ ଚୈତ୍ର ଶୁକ୍ଲ ପକ୍ଷରେ ମଧ୍ୟ ଏହା ବାସନ୍ତୀ ନବରାତ୍ର ରୂପେ ପାଳନ କରାଯାଇଥାଏ । ଦେବୀ ପୁରାଣ ଓ କାଳିକା ପୁରାଣରେ ଦୁର୍ଗାପୂଜାକୁ ଶାରଦୀୟ ପାର୍ବଣ କୁହାଯାଉଥିବା ବେଳେ ମାର୍କଣ୍ଡେୟ ପୁରାଣରେ ବାର୍ଷିକୀ ଶାରଦ ପୂଜନ କୁହାଯାଏ । ଦେବୀ ଦୁର୍ଗା ଦୁଃଖନାଶିନୀ।ନବରାତ୍ରୀରେ ଦୁର୍ଗାଙ୍କୁ ଶ୍ରଦ୍ଧାର ସହ ପୂଜା କଲେ ଉପାସକ ନବଶକ୍ତି ପ୍ରାପ୍ତ ହେଇଥାନ୍ତି । ଶାରଦୀୟ ନବରାତ୍ରୀ କାଳରେ ବ୍ରହ୍ମାଣ୍ଡର ସମସ୍ତ ଗ୍ରହ ସକ୍ରିୟ ଥିବାରୁ ଶକ୍ତି ଉପାସକଙ୍କର କୈଣସି ଅନିଷ୍ଟ ହୁଏନାହିଁ । ଦୁର୍ଗାଙ୍କର ଏହି ନବଶକ୍ତି ଜାଗ୍ରତ କରିବା ପାଇଁ ନବାର୍ଣ୍ଣ ବା ନବାକ୍ଷରୀ ମନ୍ତ୍ର ଜପ କରିବା ପାଇଁ ପରାମର୍ଶ ଦିଆଯାଇଛି । ନବର ଅର୍ଥ ନଅ ଓ ଅର୍ଣର ଅର୍ଥ ଅକ୍ଷର । ନବାର୍ଣ୍ଣ ମନ୍ତ୍ରଟି ହେଉଛି - ଐଂ ହ୍ଲୀଂ କ୍ଲୀଂ ଚାମୁଣ୍ଡାୟୈ ବିଚ୍ଚେ।ଏହି ମନ୍ତ୍ରର ପ୍ରତ୍ୟେକ ଅକ୍ଷର ଦୁର୍ଗାଙ୍କ ଗୋଟିଏ ଗୋଟିଏ ଶକ୍ତିର ପରିଚାୟକ ।
ଦୁର୍ଗା ପୂଜା ଆଶ୍ଵିନ ମାସରେ ହିନ୍ଦୁମାନେ ପାଳନ କରୁଥିବା ଏକ ଉତ୍ସବ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନହେଲେ ସେତେବେଳେ ବ୍ରହ୍ମା, ଶ୍ରୀବିଷ୍ଣୁ ଓ ଶିବଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜଦ୍ଵାରା ଦୁର୍ଗାଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳଦ୍ଵାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଗଦ୍ଵାରା ଶିରଚ୍ଛେଦ କଲେ । ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ । ତ୍ରେତୟା ଯୁଗରେ ରାବଣକୁ ପରାସ୍ତ କରିବା ନିମନ୍ତେ ରାମଚନ୍ଦ୍ର ଚୈତ୍ର ବଦଳରେ ଆଶ୍ଵିନରେ ଏହି ପୂଜା କରିଥିଲେ, ସେବେଠାରୁ ଏହା ଉଭୟ ଚୈତ୍ର ବାସନ୍ତୀ ନବରାତ୍ର ଓ ଆଶ୍ଵିନ ଶାରଦ ନବରାତ୍ର ଭାବେ ବିଦିତ ଓ ଉଭୟ ସମୟରେ ଦେବୀଙ୍କ ମହାପୂଜା ପ୍ରଚଳିତ । ନବମୀର ପରବର୍ତ୍ତୀ ଦିନ ବିଜୟଉତ୍ସବ ବା ବିଜୟାଦଶମୀ ପାଳିତ ହୁଏ,ଏହା ଦେବତାମାନଙ୍କଦ୍ଵାରା ମା ଦୁର୍ଗାଙ୍କ ଯୁଦ୍ଧ ପରବର୍ତ୍ତୀ ବିଜୟାଭିଷେକର ପରମ୍ପରାକୁ ସୂଚାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ମହାମାୟୀ ଦୁର୍ଗା ସମଗ୍ର ଦେବକୁଳର ସର୍ବୋତ୍ତମ ଅସ୍ତ୍ରଗୁଡିକର ଅଧିକାଅରିଣୀ । ସେ ମଧ୍ୟ ସେସବୁ ଅସ୍ତ୍ରର ପ୍ରୟୋଗକାରିଣୀ । ପଶୁରାଜ ସିଂହ ଦୁର୍ଗାଙ୍କ ବାହାନ । ତାଙ୍କ ଅଙ୍ଗଭୂଷଣ ତଥା ଅଙ୍ଗରକ୍ଷୀ ଭାବେ କାର୍ଯ୍ୟ କରୁଛନ୍ତି ବିଷଧର ନାଗକୁଳ । ମାର୍କଣ୍ଡେୟ ପୁରାଣ ଅନ୍ତର୍ଗତ ‘ଚଣ୍ଡୀ’ରେ କୁହାଯାଇଛି ଭଗବତୀ ଚଣ୍ଡିକା ମହାମାୟା ଏବଂ ସନାତନୀ ଦେବୀ ହେଇଥିଲେ ହେଁ ବିଶ୍ଵର କଲ୍ୟାଣ ପାଇଁ ସେ ବାରମ୍ବାର ଆବିର୍ଭୂତା ହୋଇଥାନ୍ତି । ପ୍ରତ୍ୟେକ ମନୁଷ୍ୟର ଶରୀରରେ ଆଦ୍ୟାଶକ୍ତି କୁଳକୁଣ୍ଡଳିନୀ ରୂପେ ବିରାଜିତା । ସୃଷ୍ଟିର ପ୍ରଥମ ଉଚ୍ଚାରଣ ମା’ । ସେ ଗର୍ଭଧାରିଣୀ ଲାଳନପାଳନ କର୍ତ୍ତ୍ରୀ ତଥା ତ୍ୟାଗ,ଦୟା,ଦୟା, କ୍ଷମା ଓ ମମତାର ପ୍ରତୀକାତ୍ମକ ରୂପ । ମା’ଙ୍କର ଉପାସନା ଇତିହାସର ବର୍ଗବନ୍ଧନୀଠାରୁ ମଧ୍ୟ ବହୁ ପୁରାତନ । ଆଦ୍ୟାଶକ୍ତି ଭାବେ ସେ ସର୍ବଶକ୍ତିମୟୀ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ରାସ୍ତା, ୨୦୧୪ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଲମ୍ବୋଦର ହୋତା । ପ୍ରଭଞ୍ଜନ ମିଶ୍ର ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ । ନିଶିକାନ୍ତ ଦଳବେହେରା ଏହି କଥାଚିତ୍ରଟିର ସଂଳାପ ଏବଂ ଚିତ୍ରନାଟ୍ୟ ରଚନା କରିଥିଲେ । ନିଶିକାନ୍ତ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଏବଂ ସ୍ୱର ସଂଯୋଜନା କରିଥିଲେ । ମୋହିତ ଚକ୍ରବର୍ତ୍ତୀ ଏବଂ ପଞ୍ଜାନନ ନାୟକ ଏହି କଥାଚିତ୍ରଟିର ଗୀତଗୁଡ଼ିକ ରଚନା କରିଥିଲେ । ସତ୍ୟଜିତ, ରତିକାନ୍ତ, ରୋଜାଲିନ, ବିଷ୍ଣୁମୋହନ କବି, ଅନିତା, ଅନ୍ତରା ଚକ୍ରବର୍ତ୍ତୀ ଆଦି କଣ୍ଠଶିଳ୍ପୀମାନେ କଥାଚିତ୍ରଟିର ଗୀତଗୁଡ଼ିକ ଗାଇଥିଲେ ।
ଝାନସୀର ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ଵାଧୀନତା ସଂଗ୍ରାମର ଜଣେ ନାୟିକା । ସ୍ଵଦେଶ ଓ ସ୍ଵଜାତିକୁ ପରାଧୀନତାର ଶକ୍ତ ବନ୍ଧନରୁ ମୁକ୍ତ କରିବା ପାଇଁ ଯେଉଁ ନାରୀମାନେ ଆଗକୁ ମାଡି ଆସିଥିଲେ ସେମାନଙ୍କ ମଧ୍ୟରେ ଲକ୍ଷ୍ମୀବାଈ ଅଗ୍ରଗଣ୍ୟା। ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗ ଚାଳନା, ଅଶ୍ଵାରୋହଣ, ବିଭିନ୍ନ୍ ପ୍ରକାର ଶାରୀରିକ ବ୍ୟାୟମ,ଦୁର୍ଦ୍ଦାନ୍ତ ହସ୍ତୀ ମାନଙ୍କୁ ଆୟତ କରିବା ଆଦି ପୁରୁଷ ସୁଲଭ କଳାରେ ସେ ପାରଙ୍ଗମ ଥିଲେ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଦଶହରା ଓଡ଼ିଶାରେ ପାଳିତ ଏକ ଗଣପର୍ବ । ଓଡ଼ିଶା ଭିନ୍ନ ବିଭିନ୍ନ ଭାରତୀୟ ରାଜ୍ୟରେ ଏହା ଦଶେରା, ନବରାତ୍ରି, ଦୁର୍ଗା ପୂଜା ନାମରେ ସମାନ ସମୟରେ ପାଳିତ । ଏହା ଆୟୁଧ ପୂଜା ବା ଅସ୍ତ୍ରପୂଜା ନାମରେ ଓଡ଼ିଶାରେ ଆଗରୁ ପାଳିତ ହେଉଥିଲା ଯାହା ପରେ ବଙ୍ଗରୁ ଆରମ୍ଭ ମାଟି ମୂର୍ତ୍ତି ନିର୍ମାଣ କରି ଦୁର୍ଗା ପୂଜା ଅଥବା ଉତ୍ତର ଭାରତରେ ପାଳିତ "ନବରାତ୍ରି" ସହିତ ପାଳିତ ହୋଇଆସୁଛି । ଦଶହରା ଅବସରରେ ଖଣ୍ଡା, ଢାଲ, ଲଙ୍ଗଳ ଲୁହା, କରଣୀ ଆଦି ବିଭିନ୍ନ ପାରମ୍ପାରିକ ଯନ୍ତ୍ର ଓ ଉପକରଣ ଆଦି ଏହି ଦିନ ପୂଜା କରାଯାଇଥାଏ । ଓଡ଼ିଶା ଏକ କୃଷିପ୍ରଧାନ ରାଜ୍ୟ ହୋଇଥିବାରୁ କୃଷିଭିତ୍ତିକ ଉପକରଣ ହଳ-ଲଙ୍ଗଳ, ଐତିହାସିକ ଯୁଦ୍ଧରେ ଅରି ପରାହତ ନିମନ୍ତେ ବ୍ୟବହାର ହୋଇଥିବାରୁ ଖଣ୍ଡା, ଢାଲ ଆଦି ଉପକରଣ ତଥା ନଥିକରଣରେ ମୁଖ୍ୟ ଭୂମିକା ନିଭାଇଥିବାରୁ କରଣୀ ଆଦି ଉପକରଣକୁ ଏହି ଦିନ ପୂଜା କରାଯାଇଥାଏ । ଏହା ଓଡ଼ିଶାର ବିଭିନ୍ନ ଜାତିର ଲୋକଙ୍କ କୌଳିକ ପେଷାର ଉପକରଣମାନଙ୍କ ପ୍ରତି ଅଙ୍ଗୀକାରବଦ୍ଧତାକୁ ଦର୍ଶାଇବା ନିମନ୍ତେ ପାଳିତ ହୋଇଥାଏ ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ସିଗେଲୋସିସ (Shigellosis) ଏକ ପ୍ରକାର ତରଳ ଝାଡ଼ା ଯାହା ସିଗେଲା (Shigella) ନାମକ ଏକ ଜୀବାଣୁ ସଂକ୍ରମଣଦ୍ୱାରା (bacterial infection) ହୁଏ । ସଂସ୍ପର୍ଶରେ ଆସିବାର ଦିନେ ଦୁଇ ଦିନ ପରେ ଏହି ରୋଗର ଲକ୍ଷଣ ପ୍ରକାଶ ପାଏ ଓ ତରଳ ଝାଡ଼ା, ଜ୍ୱର, ପେଟ ଯନ୍ତ୍ରଣା ଓ ଝାଡ଼ା ଯିବା ସମୟରେ ଯନ୍ତ୍ରଣା ହୁଏ । ମଳରେ ରକ୍ତ ପଡ଼ିପାରେ । ପାଞ୍ଚରୁ ୭ଦିନ ପର୍ଯ୍ୟନ୍ତ ଏହି ଲକ୍ଷଣ ରହେ । କେଶ୍ ଜଟିଳ ହେଲେ ସଂକ୍ରମଣ ପରବର୍ତ୍ତୀ ଗଣ୍ଠିପ୍ରଦାହ (Post infectious arthritis), ସେପ୍ସିସ, ବାତ (seizures), ହେମୋଲାଇଟିକ ୟୁରେମିକ ସିଣ୍ଡ୍ରମ (hemolytic uremic syndrome) ହୋଇପାରେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଗୋସାଣୀ ଯାତ୍ରା (ଗୋଷାଣୀ ଯାତ) ପୁରୀର ଏକ ପ୍ରସିଦ୍ଧ ପର୍ବ । ଦଶହରା ସମୟରେ ଦୁର୍ଗାପୂଜାକୁ ପୁରୀରେ ଗୋଷାଣି ଯାତ୍ରା ଭାବେ ପାଳନ କରାଯାଏ । ପୁରୀରେ ଥିବା ଅନେକ ସ୍ଥାନରେ ମା' ଦୁର୍ଗାଙ୍କର ମୃଣ୍ମୟୀ ମୂର୍ତ୍ତିପୂଜା ପାଆନ୍ତି। ମହିଷାସୁରର ପତ୍ତନ ପରେ ଦୁର୍ଗାଙ୍କ ସହଚରୀ ଯୋଗିନୀମାନେ ବିଭିନ୍ନ ପୀଠରେ ଅବସ୍ଥାନ କଲେ । ଏହି ମାନଙ୍କ ରୂପକୁ ଗୋସାଣୀ କୁହାଯାଏ । ଗୋସାଣୀମାନଙ୍କ ମୃଣ୍ମୟୀ ମୂର୍ତ୍ତି ଦୁର୍ଗାମୂର୍ତ୍ତିଙ୍କ ଠାରୁ ଭିନ୍ନ। ସପ୍ତମୀଠାରୁ ମହାନବମୀ ପର୍ଯ୍ୟନ୍ତ ମାଆ ଦୁର୍ଗାଙ୍କର ପୂଜା ହେଉଥିବା ବେଳେ ଏହି ଯୋଗିନୀମାନଙ୍କର ପୂଜା ସପ୍ତମୀ ଏକାଦଶୀ ପର୍ଯ୍ୟନ୍ତ ହୁଏ। ଶ୍ରୀକ୍ଷେତ୍ରରେ ଗୋସାଣୀମାନଙ୍କ ଭିନ୍ନ ଭିନ୍ନ ଯଥା କାକୁଡ଼ିଖାଇ, ବାରହାଟି, ଜହ୍ନିଖାଇ, ଶୂନ୍ୟଗୋସାଣୀ, ବଜ୍ରକୋଟ, କଣ୍ଟାକାଢି, ପଣାପ୍ରିୟା, ବେଳବାଇ, ହଜୁରି, ନାଗକୋଟ ଇତ୍ୟାଦି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ନଅଦିନ ବ୍ୟାପି ହେଉଥିବା ଏହି ପୂଜାରେ ଶକ୍ତି ସ୍ୱରୂପିଣୀ ମା’ ଦୁର୍ଗାଙ୍କୁ ବିଭିନ୍ନ ରୂପରେ ପୂଜା କରାଯାଏ ଏହି ନବରାତ୍ରିର ପ୍ରଥମ ତିନିଦିନରେ ମା’ଙ୍କୁ ଦୁଷ୍ଟ ବିନାଶିନୀ ଦୁର୍ଗା ତଥା କାଳୀ ରୂପରେ ପୂଜା କରାଯାଏ । ମଝି ତିନିଦିନରେ ମା’ଙ୍କୁ ଧନଧାନ୍ୟ ତଥା ସମ୍ପଦର ଦେବୀ ଲକ୍ଷ୍ମୀଙ୍କ ରୂପରେ ପୂଜା କରାଯାଏ । ସେହିପରି ଶେଷ ତିନିଦିନରେ ମା’ ବିଦ୍ୟାଦାତ୍ରୀ ସରସ୍ୱତୀ ଭାବେ ପୂଜା ପାଇଥାନ୍ତି । ନବରାତ୍ରିର ଶେଷ ଦିନରେ ବିଜୟା ଦଶମୀ ପାଳିତ ହୋଇଥାଏ । ହିନ୍ଦୁ ପରମ୍ପରା ଅନୁଯାୟୀ ବର୍ଷରେ ପାଞ୍ଚଥର (ପୌଷ, ମାଘ, ଚୈତ୍ର, ଆଷାଢ଼ ଓ ଆଶ୍ଵିନ) ନବରାତ୍ର ପାଳନ କରାଯାଉଥିଲେ ମଧ୍ୟ ଶରତ ଋତୁରେ ପାଳିତ ହେଉଥିବା (ଆଶ୍ୱିନ ମାସ ଶୁକ୍ଳପକ୍ଷ ପ୍ରତିପଦ ତିଥିରୁ ନବମୀ ପର୍ଯ୍ୟନ୍ତ) ନବରାତ୍ର ସବୁଠୁ ଅଧିକ ଗୁରୁତ୍ୱପୂର୍ଣ୍ଣ । ଏହାକୁ ମହାନବରାତ୍ର ବୋଲି କହାଯାଇଥାଏ ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଭୁବନେଶ୍ଵର ଭୁବନେଶ୍ଵର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ଵର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ଵର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ଵାରା ବିଶେଷ ଆଦୃତ ହୋଇଅଛି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ୱିଲିଅମ୍ ସେକ୍ସପିଅର ଜଣେ ଇଂରେଜ କବି, ନାଟ୍ୟକାର ଓ ଅଭିନେତା ଥିଲେ । ଇଂରାଜୀ ଭାଷାର ଶ୍ରେଷ୍ଠତମ ଲେଖକ ଭାବେ ସେ ପରିଗଣିତ । "ବାର୍ଡ୍ ଅଫ୍ ଏଭୋନ୍" (ଏଭୋନର ଗୀତି କବି) ନାମରେ ପ୍ରସିଦ୍ଧ ଏହି ମହାକବିଙ୍କୁ ଇଂଲଣ୍ଡର ଜାତୀୟ କବି ବୋଲି ମଧ୍ୟ ଗ୍ରହଣ କରାଯାଏ । ତାଙ୍କ ରଚନା ସବୁ ମଧ୍ୟରେ ୩୮ଟି ନାଟକ, ୧୫୪ ସନେଟ, ଦୁଇଟି ଦୀର୍ଘ କବିତା ଓ କେତୋଟି କ୍ଷୁଦ୍ର ଧାଡି କବିତା ଅନ୍ତର୍ଭୁକ୍ତ । ତାଙ୍କ ନାଟକ ସବୁ ଅନେକ ଭାଷାରେ ଅନୂଦିତ ହୋଇଛି ।
ସରୋଜିନୀ ନାଇଡୁ ଜଣେ କବି, ନାରୀନେତ୍ରୀ ଓ ବାଗ୍ମୀ ହିସାବରେ ସେ ପରିଚିତା । ସେ ଦେଶର ପ୍ରଥମ ମହିଳା ରାଜ୍ୟପାଳ ଓ ଭାରତୀୟ ଜାତୀୟ କଂଗ୍ରେସର ପ୍ରଥମ ମହିଳା ଅଧ୍ୟକ୍ଷ ଥିଲେ । ସରୋଜିନୀଙ୍କୁ ଭାରତୀୟ କୋକିଳ ବୋଲି କୁହାଯାଏ । ଭାରତୀୟ ସ୍ଵାଧୀନତା ଆନ୍ଦୋଳନରେ ଗାନ୍ଧିଜୀଙ୍କ ସହଯୋଗୀ ରୁପେ ସରୋଜିନୀ ନାଇଡୁଙ୍କ ଅବଦାନ ଅତୁଳନୀୟ । ଜଣେ ଇଂରାଜୀ କବି ରୂପେ ଭାରତୀୟ ଇଂରାଜୀ ସାହିତ୍ୟର ଇତିହାସରେ ତାଙ୍କ ସ୍ଥାନ ଅତ୍ୟନ୍ତ ଗୁରୁତ୍ଵପୂର୍ଣ୍ଣ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ସାହିତ୍ୟ ଭାରତୀ କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକା ଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଗଣେଶ ପୂଜା ଏବଂ ବମ୍ବେ ସହର (ମୁମ୍ବାଇ)
ମୁମ୍ବାଇ ବହୁତ ଦର୍ଶନୀୟ ସ୍ଥାନ ପାଇଁ ପ୍ରସିଦ୍ଧି ଲାଭ କରିଛି । ତନ୍ମଧ୍ୟରୁ "GATE WAY OF INDIA", ELEPHANTA CAVES","TAJ HOTEL", "SIDDHIVINAYA TEMPLE", "MAHALAXMI TEMPLE", "MUMBADEVI TEMPLE", "HAJIALI", "SEA LINK", "JIVDANI TEMPLE", "JUHU BEACH", "GIRGAUM BEACH", VERSOVA BEACH , "WANKHEDE STADIUM", "CHATRAPATI SHIVAJI VASTU SANGRAHALAYA","NEHERU PLANETARIUM", "SHIVAJI PARK", "THE HANGING GARDEN" , "MARINE LINES", "RACE COURSE " ଏମିତି ଆହୁରି ଅନେକ । ହିନ୍ଦୀ ସିନେମା ଜଗତର ଘର ହେଉଛି ମୁମ୍ବାଇ । "ଚର୍ଚଗେଟ"ରୁ "ଭାଇନ୍ଦର" ପର୍ଯନ୍ତ ଏବଂ "କୋଲାବା"ରୁ "ଥାନେ" ପର୍ଯନ୍ତ ବ୍ୟାପିଛି ମୁମ୍ବାଇ ମହାନଗର । ମୁମ୍ବାଇରେ ଯେକୌଣସି ଜାଗାକୁ ଯିବାକୁ ହେଲେ ସବୁଠାରୁ ଶସ୍ତା ମାଧ୍ୟମ ହେଉଛି ରେଳପଥ ଯାହା "ୱେଷ୍ଟର୍ନ"(WESTERN RAILWAY) ଏବଂ "ସେଣ୍ଟ୍ରାଲ"(CENTRAL RAILWAY) ରେଳପଥ ଅଧୀନରେ ଚାଲୁଛି । ଟ୍ରେନରେ ପ୍ରତିଦିନ ଲକ୍ଷ ଲକ୍ଷ ଯାତ୍ରୀ ଯାତ୍ରା କରନ୍ତି । ସେଥିପାଇଁ "ମୁମ୍ବାଇ ଲୋକାଲ"କୁ ମୁମ୍ବାଇର "Life-line" ବୋଲି କୁହାଯାଏ । ତାଛଡା ସାରା ମୁମ୍ବାଇରେ ଚାଲୁଛି ଅଗଣିତ ସରକାରୀ "ବସ"(BUS) ଯାହାକୁ ପରିଚାଳନା କରୁଛି "ବେଷ୍ଟ"(BEST : Brihanmumbai Electric Supply and Transport)। ବସ ଧରିବା ସାଧାରଣ ଲୋକ (ଯଦି ସେ ବାହାର ରାଜ୍ୟରୁ ଆସିଥାନ୍ତି ) ପାଇଁ କାଠିକର ପାଠ । କେତେ ନମ୍ବର ବସ କେଉଁ ସ୍ଥାନକୁ ଯାଉଛି ସେଥିପାଇଁ ଏକ ବହି ବି ଛାପାଯାଇଛି । ପଛକୁ ଆସିବ କାର/ଟାକ୍ସି ସେବା , ଯାହାର ଅବସ୍ଥା ଅତି ଦୟନୀୟ ।ଯଦି ପକେଟରେ ନୋଟ ନାହିଁ ତ କେବେହେଲେ କାର/ଟାକ୍ସିରେ ବସନ୍ତୁ ନାହିଁ । ନହେଲେ ଅଯଥା ହଇରାଣ ହୋଇଯିବେ । ସେ ବିଷୟରେ ବର୍ଣ୍ଣନା କଲେ ଏକ କାହାଣୀ ହୋଇଯିବ । ଶେଷରେ ଆସିବେ ଅଟୋ ରିକ୍ସା ବାଲା । ସେମାନଙ୍କ ବିଷୟରେ ନ କହିବାଟା ହିଁ ଭଲ । ଯେଉଁଠି ୫ କିଲୋମିଟର ଦୂରତା ଅତିକ୍ରମ ପାଇଁ ସେମାନେ ନିଅନ୍ତି ୮/୧୦ କିଲୋମିଟରର ଭଡା । ଏମିତି ବୁଲେଇ ବଙ୍କେଇ ନେଇ ଗନ୍ତବ୍ୟ ସ୍ଥଳରେ ପହଞ୍ଚାଇବେ ଯେମିତି ରକେଟ ଯୋଗେ ପୃଥିବୀରୁ ଚନ୍ଦ୍ରକୁ ଯାଉଛନ୍ତି । ଏସବୁ ସତ୍ତ୍ୱେ ବି ଗମନା ଗମନ ଓ ଯୋଗାଯୋଗ ବ୍ୟବସ୍ଥା ଅତି ଉତ୍ତମ । ଦିନ ହେଉ ଅବା ରାତ୍ରିର ଯେକୌଣସି ପ୍ରହର । ଯୁଆଡେ ଇଚ୍ଛା ସିଆଡେ ଯାଇହେବ । ବର୍ତମାନ "ଓଲା"(OLA) ଏବଂ "ଊବେର"(UBER) ଗମନା ଗମନକୁ ଅଧିକ ତ୍ଵରାନ୍ନିତ କରିଛି । ଆହୁରି ବି ଡିଜିଟାଲ ସେବା ଓ ଆଣ୍ଡ୍ରୋଏଡ ମୋବାଇଲ ବହୁତ କିଛି ତଥ୍ୟ ଦେଇ ପାରିବାରେ ସକ୍ଷମ । ମୁମ୍ବାଇ ସହର , କେହିନୁହେଁ କାହାର । ଏଠି କେହି କାହା କଥା ବୁଝନ୍ତିନି । କେହି କାହା କଥାରେ କଥା ହୁଅନ୍ତିନି । ସମସ୍ତେ ନିଜ ନିଜ କାମରେ ବ୍ୟସ୍ତ । ଟଙ୍କା ବଳରେ ଏଠି ସବୁ କିଛି କିଣିବା ସମ୍ଭବ କେବଳ "ମା" ଆଉ "ବାପା"ଙ୍କୁ ଛାଡି । ସମ୍ପର୍କ ତ ବହୁତ ମିଳିବ ହେଲେ ଆତ୍ମୀୟତା କେବେ ନୁହେଁ । କଥାରେ ଅଛି "ମୁମ୍ବାଇରେ ରାତି ନାହିଁ " । ପ୍ରକୃତ ଅର୍ଥରେ ଏଠି ଦିନ ରାତି ସବୁ ସମାନ । କେହି ଦିନରେ କାମ କରନ୍ତି ତ କେହି ରାତିରେ । ନିଜ ନିଜର କାମ ନିଜ ସମୟ ଅନୁସାରେ ନିର୍ଧାରଣ କରନ୍ତି । ଏଠି ସମସ୍ତେ ବଡ ହେବାର ସ୍ଵପ୍ନ ଦେଖନ୍ତି । ଅନେକ ଲୋକ ବଡ ହେବା ଆଶାରେ ଏମିତି ରାସ୍ତାରେ ବାଟବଣା ହୋଇଯାନ୍ତି, ଯେଉଁଠୁ ଫେରିବା ଅସମ୍ଭବ । ଏମିତି ଏକ ରାସ୍ତା ଯାହା ମଣିଷକୁ କଳା ସାମ୍ରାଜ୍ୟ ଆଡକୁ ଟାଣିନିଏ । ଜଣେ ସାଧାରଣ ଲୋକ ୧୨/୧୫ ଡବା ଗାଡିରେ ସକାଳୁ ଯାଇ ସନ୍ଧ୍ୟାରେ ଫେରେ । କେତେ ସ୍ଵପ୍ନ ଦେଖେ ନିଜ ପରିବାର ପାଇଁ । ହେଲେ ବେଳେ ବେଳେ ୧୧ ଜୁଲାଇ ୨୦୦୬ ଭଳି ଦୁର୍ଘଟଣା ହୃଦୟ ବିଦାରକ ହୋଇପଡେ । ୨୬ ନଭେମ୍ବର ୨୦୦୮ରେ ହୋଇଥିବା ଆକ୍ରମଣରେ (ଯାହା ମୁଁ ନିଜେ ଅନୁଭବ କରିଛି) କେତେଯେ ଜୀବନ ନଷ୍ଟ ହେଲା ତାର କୌଣସି କ୍ଷତି ପୂରଣ ହୋଇ ପାରିବ ନାହି । ଏମିତି କେତେ ଆତଙ୍କବାଦୀ ଆକ୍ରମଣର ଶିକାର ହୋଇ ମୁମ୍ବାଇ ପୁଣି ନିଜକୁ ସଜାଡି ନେଇଛି । ମୟାନଗରୀର ପୂଜା ପାର୍ବଣ : ସମସ୍ତେ କୁହନ୍ତି ସହର ମାନଙ୍କରେ କୌଣସି ପୂଜା ପାର୍ବଣ ନାହିଁ । ହେଲେ ମୁମ୍ବାଇ ଏମିତି ଏକ ସହର ଯେଉଁଠି ପ୍ରାୟ ସମସ୍ତ ପୂଜା ପାର୍ବଣ ପାଳନ କରାଯାଏ । ଅବଶ୍ୟ ସେଥିପାଇଁ ସାରା ସହର ବୁଲିବାକୁ ପଡିବ । ଯେଉଁଠି ହିନ୍ଦୁ ବସବାସ କରୁଥିବା ଲୋକସଂଖ୍ୟା ଅଧିକ ସେଠି ହିନ୍ଦୁ ପୂଜା ପାର୍ବଣ , ଯେଉଠି ମୁସ୍ଲିମ ବସବାସ କରୁଥିବା ଲୋକସଂଖ୍ୟା ଅଧିକ ସେଠି ମୁସ୍ଲିମ ପର୍ବ ଆଉ ଯେଉଁଠି ଖ୍ରୀଷ୍ଟିୟାନ ବସବାସ କରୁଥିବା ଲୋକସଂଖ୍ୟା ଅଧିକ ସେଠି ଖ୍ରୀଷ୍ଟିୟାନ ପର୍ବ ପାଳନ କରାଯାଏ । ସାରା ଭାରତବର୍ଷରେ ପାଳନ କରାଯାଉଥିବା ସମସ୍ତ ପର୍ବ ମୁମ୍ବାଇରେ ପାଳିତ ହୁଏ । ଏହାର ମୁଖ୍ୟ କାରଣ ହେଲା ମୁମ୍ବାଇରେ ରହୁଥିବା ସମସ୍ତ ଅଧିବାସୀ ଭାରତର କୋଣ ଅନୁକୋଣରୁ ଆସିଥାନ୍ତି । ଯଦି ଆପଣମାନେ ପ୍ରକୃତ ପର୍ବୋତ୍ସବ ଦେଖିବାକୁ ଚାହୁଁ ଥାନ୍ତି ତେବେ ସହରର ତଳି ଅଞ୍ଚଳରେ ଥିବା ବସ୍ତି ମାନଙ୍କୁ ଯିବାକୁ ପଡିବ । କାହିଁକି ନା ସହରରେ ବଡଲୋକିଆ ମାନଙ୍କ ପାଖରେ ଏତେ ସମୟ କାହିଁ ସେମାନେ ଏ ପର୍ବ ପର୍ବାଣି ଆଦି ପାଳନ କରିବେ । ସେ ଯାହାହେଉ , ମୁଁ ସେ ଆଡକୁ ଗତି କରୁନାହିଁ । ମୋର ଆଜିର ମୁଖ୍ୟ ଉଦ୍ଧେଶ୍ୟ ହେଉଛି "ଗଣେଶ ପୂଜା" । "ବକ୍ରତୁଣ୍ଡ ମହାକାୟ ସୂର୍ଯ୍ୟ କୋଟି ସମପ୍ରଭଃ, ନିର୍ବିଘ୍ନଂ କୁରୁମେ ଦେବ ସର୍ବକାର୍ଯ୍ୟେଷୁ ସର୍ବଦା।" ଗଣେଶ ପୂଜା : ଅଗ୍ରପୂଜ୍ୟ ଗଣାଧିପତି ଗଣେଶଙ୍କ ପୂଜା ପ୍ରତିବର୍ଷ ଭାଦ୍ର ମାସ ଶୁକ୍ଲପକ୍ଷ ଚତୁର୍ଥୀରେ ପାଳନ କରାଯାଏ । ସାରା ଭାରତରେ ଗଣେଶ ପୂଜା ପାଇଁ ମୁମ୍ବାଇ ପ୍ରସିଦ୍ଧ । ପ୍ରତି ଗଳି କନ୍ଦି , ଛକ ବଜାର , ବସ୍ତି ହେଉ ବଡ ମୁଖ୍ୟ ସହର ସବୁଠି ଦେଖିବାକୁ ମିଳେ ଗଣେଶ ଉତ୍ସବର ଝଲକ । ଧନୀ ଠୁ ଗରିବ ଆବାଳ ବୃଦ୍ଧବନିତା ସମସ୍ତେ ଅଂଶଗ୍ରହଣ କରନ୍ତି ପୂଜାରେ । ସବୁଠୁ ଅତି ଆଶ୍ଚର୍ଜର କଥା ହେଉଛି ଏହା ଏମିତି ଏକ ପୂଜା ଯେଉଁଥିରେ କୌଣସି ଜାତି ଧର୍ମ ଦେଖାଯାଏନି । ସିଏ ହିନ୍ଦୁ , ଖ୍ରୀଷ୍ଟିୟାନ, ଶିଖ ,ଜୈନ, ବୁଦ୍ଧ , ପାର୍ଶୀ ହେଉ ବା ମୁସ୍ଲିମ । ସମସ୍ତେ ଏକତ୍ରିତ ହୋଇଯାନ୍ତି ପୂଜାପାଇଁ । ପ୍ରତି ଛକ ବା ଜାଗା ଅନୁସାରେ ଗଣେଶଙ୍କର ନାମକରଣ ହୋଇଥାଏ । ଯେମିତି ଏକ ଉଦାହରଣ "ଲାଲବାଗଚା ରାଜା" । ସେମିତି ଜୁହୁ , ଦାଦର , ସାନ୍ତାକୁର୍ଜ , ଖାର , ବାନ୍ଦ୍ରା , ଭିଲେପାର୍ଲେ , ଅନ୍ଧେରି , ବର୍ସୋବା, ଗୋରାଇ , ମିରାରୋଡ , ବୋରୀଭଲୀ , ମଲାଡ , ମୁଲୁଣ୍ଡ , ଯୋଗେଶ୍ଵରୀ , ଗୋରେଗାଁଓ , ମୁମ୍ବାଇ ସେଣ୍ଟ୍ରାଲ , ଛିଞ୍ଚପୋକଲି , କୁର୍ଲା , ଚେମବୁର , ଭାଣ୍ଡୁପ , ରତନ , ବିକ୍ରୋଲି , ମରୋଲ , ସାକିନାକା (ସବୁଠୁ ଅଧିକ ଓଡ଼ିଆ ବସବାସ କରନ୍ତି) ଏମିତି ଅନେକ । ସର୍ବାଗ୍ରେ ନାମ ଆସୁଥିବା "ଲାଲବାଗ"(Laalbagh) ଏକ ସ୍ଥାନ ଯାହା ମୁମ୍ବାଇର ମୁଖ୍ୟ ସହରର "ଦାଦର" (Dadar) ଠୁଁ ମାତ୍ର ୪ କିଲୋମିଟର । ଲୋକାଲ ଟ୍ରେନରେ ଯିବାକୁ ହେଲେ "ଦାଦର"ରୁ "ଲୋଅର ପରେଲ"(Lower Parel) ଭାୟା "ୱେଷ୍ଟର୍ଣ ରେଲୱେ" ଦେଇ ଯିବାକୁ ପଡିବ । "ଲୋଅର ପରେଲ ପୂର୍ବ "(Lower Parel East)ରୁ ମାତ୍ର କିଛି ବାଟ ଗଲେ ପଡିବ ପ୍ରସିଦ୍ଧ ଗଣେଶ ମଣ୍ଡପ "ଲାଲବାଗ ଚା ରାଜା "। ହିନ୍ଦୁ ମୁସଲମାନ ଭିତରେ ଭାଇଚାରାର ଏକ ଜ୍ଵଳନ୍ତ ଉଦାହରଣ । ଲାଲବାଗଚା ରାଜାଙ୍କୁ ନେବା ରାସ୍ତାରେ ପଡେ "ମସ୍ଜିଦ ବନ୍ଦର" ଯେଉଁଠି ପ୍ରଭୁ ଗଣେଶ ନିଜ ମୁସ୍ଲିମ ଭକ୍ତଙ୍କଠୁଁ ପୂଜା ପାଆନ୍ତି । ଶୁଣିବାକୁ ମିଳେ ଯେପର୍ଯନ୍ତ ମୁସ୍ଲିମ ସମ୍ପ୍ରଦାୟ ଲୋକେ ଗଣେଶଙ୍କୁ ପୂଜା ନକରନ୍ତି ସେପର୍ଯନ୍ତ ରଥ ଆଗକୁ ବଢେ ନାହିଁ । ଆପଣଙ୍କ ଅବଗତି ନିମନ୍ତେ ଜଣାଇବାକୁ ଚାହିଁବି ଯେ ପ୍ରସିଦ୍ଧ ମନ୍ଦିର ସିଦ୍ଧିବିନାୟକ ହେଉଛି ମୁମ୍ବାଇର ହୃଦୟ । ଏହା ମୁଖ୍ୟ ସହର "ଦାଦର" (Dadar) ଠୁଁ ମାତ୍ର ୧.୫ କିଲୋମିଟର ଦୂର । "ଦାଦର ପଶ୍ଚିମ "(Dadar West)ରୁ ଏକମାତ୍ର ସାଧନ ଟ୍ଯାକ୍ସି ଯୋଗେ ଯିବାକୁ ହୁଏ । "ପ୍ରଭାଦେବୀ" (Prabhadevi) ହେଉଛି ନିକଟସ୍ଥ ବସଷ୍ଟାଣ୍ଡ । "ସିଦ୍ଧିବିନାୟକ" ମନ୍ଦିରରେ ପ୍ରତି ମଙ୍ଗଳ ବାର ପ୍ରବଳ ଭିଡ ହୁଏ । ସୋମବାର ରାତି ୨/୩.୦୦ ଟାରୁ ଭକ୍ତ ମାନଙ୍କର ଭିଡ ବଢିଚାଲେ । ବହୁ ଦୂର ଦୁରାନ୍ତରୁ ଭକ୍ତ ମାନେ ଚାଲି ଚାଲି ଆସନ୍ତି । ଶୁଣିବାକୁ ମିଳେ ଏଠାରେ ଯିଏ ଯାହାବି ମାନସିକ ରଖନ୍ତି "ବାପ୍ପା ସିଦ୍ଧିବିନାୟକ" ସମସ୍ତଙ୍କ ମନୋସ୍କାମନା ପୂରଣ କରନ୍ତି । ଦୁଖଃର ବିଷୟ ଏତେ ଲମ୍ବା ଭିଡ ଓ ଧାଡି ଥିଲେବି ଯଦି ପାଖରେ ପଇସା ଥାଏ ତ ସିଧା ସଳଖ ଠାକୁରଙ୍କ ପାଖକୁ ଯିବା ପାଇଁ VIP LINEର ବ୍ୟବସ୍ଥା ଅଛି । ଯାହା ବହୁ ଭକ୍ତଙ୍କ ମନରେ ପ୍ରଶ୍ନବାଚୀ ସୃଷ୍ଟି କରେ । ସତରେ କଣ ପଇସା ଦେଲେ ଭଗବାନଙ୍କୁ ସର୍ବ ପ୍ରଥମେ ଦେଖିହେବ ??? ଯଦି ଠାକୁରଙ୍କ ପଇସାର ଏତେ ଆବଶ୍ୟକତା ଅଛି ତ ସେ କଣ ମୋ ମନୋସ୍କାମନା ପୂରଣ କରିବେ ???
ଓଡ଼ିଆ ବାହାଘର ବଂଶ ରକ୍ଷା ଓ ସମାଜ ରକ୍ଷା ସକାଶେ ପୁରୁଷ ଓ ସ୍ତ୍ରୀର ମିଳନ ବା ପରିଣୟ ବିବାହ ଭାବେ ପରିଚିତ । ଏହା ପରସ୍ପର ସହ ଉପଯୁକ୍ତ ମେଳ ଖାଉଥିବା ଦୁଇଟି ଭିନ୍ନ ବ୍ୟକ୍ତିବିଶେଷଙ୍କୁ ନେଇ ସମ୍ପନ୍ନ ହୋଇଥାଏ । ଓଡ଼ିଆ ବାହାଘର ମୂଖ୍ୟତଃ ଓଡ଼ିଆ ହିନ୍ଦୁମାନଙ୍କ ମଧ୍ୟରେ ଘଟିଥାଏ । ଓଡ଼ିଆ ବାହାଘରର ବହୁତ ରୀତି ଓ ପରମ୍ପରା ଅଛି। ପାରମ୍ପରିକ ଦୃଷ୍ଟିରୁ ଏହା ସଂସ୍କୃତ ଏବଂ ଓଡ଼ିଆ ଭାଷାରେ ବୋଲା ଯାଉଥିବା ମନ୍ତ୍ରକୁ ନେଇ ପରିଚାଳିତ ହେଇଥାଏ । ଏହାର ପ୍ରସ୍ତୁତି କେବଳ ବାହାଘର ଦିନ ନୁହେଁ, ବରଂ ବହୁଦିନ ପୂର୍ବରୁ ଚାଲିଥାଏ।
ତାରିଣୀ ମନ୍ଦିର ଓଡ଼ିଶାର କେନ୍ଦୁଝର ଜିଲ୍ଲାର ଘଟଗାଁରେ ଥିବା ଏକ ଠାକୁରାଣୀ ମନ୍ଦିର । ଏଠାକାର ଅଧିଷ୍ଠାତ୍ରୀ ଦେବୀ ତାରିଣୀ । ପ୍ରବାଦରେ ଅଛି ଘଟଗାଁଠାରେ ଥିବା ମା ତାରିଣୀ ମନ୍ଦିରକୁ ୧୪୮୦ ମସିହାରେ କେନ୍ଦୁଝରର ତତ୍କାଳୀନ ରାଜା ଗୋବିନ୍ଦ ଭଞ୍ଜଦେଓ ନିର୍ମାଣ କରେଇଥିଲେ । ପୁରୀର ତତ୍କାଳୀନ ଗଜପତି ମହାରାଜାଙ୍କ ଆଦେଶକ୍ରମେ ମା ତାରିଣୀ ନୂଆ ମନ୍ଦିର ଘଟଗାଁଠାରେ ଶକ୍ତିପୀଠ ଭାବରେ ସ୍ଥାପିତ ହେଇପାରିଥିଲା । ମା ତାରିଣୀଙ୍କଠାରେ ମନାସିକ କାଲେ ତାହା ନିଶ୍ଚୟ ପୂରଣ ହୁଏ ବୋଲି ଭକ୍ତଙ୍କ ବିଶ୍ବାସ ଥାଏ ।
କାଳୀ ଦଶମହାବିଦ୍ୟା ମଧ୍ୟରୁ ଅନ୍ୟତମ ଓ ଦେବୀ ଦୁର୍ଗାଙ୍କର ଶକ୍ତିଶାଳୀ ସ୍ଵରୂପ। କାଳରୂପୀ ଶିବଙ୍କର ଶକ୍ତି କାଳୀ ନାମରେ ମଧ୍ୟ ପରିଚିତା । ଚଣ୍ଡାସୁର ବଧ ସମୟରେ ଏହାଙ୍କର ଉତ୍ପତ୍ତି, ଏ ରକ୍ତବୀଜର ରକ୍ତ ପାନ କରିଥିଲେ । ଦକ୍ଷଯଜ୍ଞ ସମୟରେ ସତୀ ଏହି ମୂର୍ତ୍ତି ଧାରଣ କରିଥିଲେ । ମା’ କାଳୀ ସ୍ୱରୂପରେ ଭୟଙ୍କର କୃଷ୍ଣକାୟା, ଚତୁର୍ଭୁଜା, ନଗ୍ନା, ଲୋଳଜିହ୍ୱା (ଲହକା ଜିଭ), ମୁଣ୍ଡମାଳାଧାରିଣୀ । ତାଙ୍କର ଗୋଟିଏ ହାତ ଛିନ୍ନ-ମସ୍ତକ (ନରମୁଣ୍ଡ ବା ଖପର) ଧାରିଣୀ, ଅନ୍ୟଟି ଖଡ୍ଗ (ଖଣ୍ଡା)ରେ ଶୋଭିତ, ତୃତୀୟଟି ତ୍ରିଶୁଳ ଧାରଣ କରି ପାପୀ ରାକ୍ଷସମାନଙ୍କ ମଧ୍ୟରେ ଭୟ ସୃଷ୍ଟି କରେ ଏବଂ ଚତୁର୍ଥଟି ଭକ୍ତମାନଙ୍କୁ ଅଭୟ ମୁଦ୍ରାରେ ଆଶ୍ୱାସନା ଓ ଆଶୀର୍ବାଦ ଦେଇଥାଏ । ଭୀଷଣ ଭୟଙ୍କର ରୂପରେ ସେ ଶିବଙ୍କ ଉପରେ ଦଣ୍ଡାୟମାନା ।
ଭଗବାନ ବିଷ୍ଣୁଙ୍କର ଦଶାବତାର କଥା ଶୁଣିଲେ ଓ ଓଡ଼ିଶୀ ନାଚର ଦଶ ଅବତାର ଭଙ୍ଗୀ ଦେଖିଲେ ବୁଝାପଡ଼େ ମଣିଷ କିପରି ଏ ପୃଥିବୀକୁ ଆସିଲା । ବିବର୍ତ୍ତନବାଦୀମାନେ କହନ୍ତି, ପୃଥିବୀଟା ବହୁ ପୁରାକାଳରେ ଖାଲି ବାଷ୍ପମୟ ଥିଲା । କ୍ରମେ କ୍ରମେ ସେ ବାଷ୍ପରାଶି ଶୀତଳ ହୋଇଯାଇ ନାନାପ୍ରକାର ପଦାର୍ଥ ଓ ରାସାୟନିକ ଦ୍ରବ୍ୟରେ ପରିଣତ ହେଲା । ପାଣି ମଧ୍ୟ ତିଆରି ହେଲା । ସେ ପାଣିରେ ପ୍ରଥମେ ଛୋଟ ଛୋଟ ଜୀବ ଉତ୍ପନ୍ନ ହେଲେ । ସେ ଛୋଟ ଛୋଟ ଜୀବ ନାନା ଘାତ ପ୍ରତିଘାତ ମଧ୍ୟରେ ଯାଇ ଆସ୍ତେ ଆସ୍ତେ ଉନ୍ନତ ଧରଣର ହେଲେ । ପରେ ମାଛମାନଙ୍କର ଆବିର୍ଭାବ ହେଲା । ସେ ମାଛମାନେ କ୍ରମେ କ୍ରମେ ଜଳରୁ ସ୍ଥଳଭାଗକୁ ଆସିଲେ । ତା ପରେ ନାନା ପ୍ରକାର ସରୀସୃପ ବା ସାପ ଜାତୀୟ ଓ ବେଙ୍ଗ ଜାତୀୟ ଜୀବ ସୃଷ୍ଟି ହେଲେ । ସେଥିରୁ କ୍ରମେ କ୍ରମେ ନାନା ପ୍ରକାର ଡାଇନୋସର ଓ ଅନ୍ୟାନ୍ୟ ପ୍ରକାରର ଜୀବ ସୃଷ୍ଟି ହୋଇ ଶେଷରେ ମାଙ୍କଡମାନଙ୍କର ଆବିର୍ଭାବ ହେଲା । ଏସବୁ ହେବାକୁ କୋଟି କୋଟି ବର୍ଷ ଲାଗିଥିଲା ବୋଲି ବୈଜ୍ଞାନିକମାନେ କହନ୍ତି । ତା ପରେ ଆସିଲା ମଣିଷ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ସୁଇଜରଲ୍ୟାଣ୍ଡ / ସ୍ଵିଜରଲ୍ୟାଣ୍ଡ ବା ସ୍ଵିସ୍ ସଂଘରାଜ୍ୟ ଇଉରୋପର ଏକ ସଂଘୀୟ ଗଣତାନ୍ତ୍ରିକ ଦେଶ । ସ୍ଵିଜରଲ୍ୟାଣ୍ଡ ଦେଶ ୨୬ଟି ସଂଘରାଜ୍ୟ ବା କ୍ୟାଣ୍ଟନରେ ବିଭକ୍ତ ଓ ବର୍ନ୍ (ଈଂରାଜୀରେ Bern) ଏହି ଦେଶର ରାଜଧାନୀ । ପଶ୍ଚିମ ଇଉରୋପର କେନ୍ଦ୍ରରେ ସ୍ଵିଜରଲ୍ୟାଣ୍ଡ ଅବସ୍ଥିତ । ସ୍ଵିଜରଲ୍ୟାଣ୍ଡକୁ ଦକ୍ଷିଣ ପଟେ ଇଟାଲି, ପଶ୍ଚିମ ପଟେ ଫ୍ରାଂସ୍, ଉତ୍ତର ପଟେ ଜର୍ମାନୀ ଓ ପୂର୍ବପଟେ ଅଷ୍ଟ୍ରିଆ ଏବଂ ଲିଖଟେନଷ୍ଟାଇନ୍ ଘେରି ରହିଛନ୍ତି । ଚାରିପଟୁ ସ୍ଥଳଭାଗ ଦ୍ଵାରା ପରିବେଷ୍ଟ ଏହି ଦେଶର କ୍ଷେତ୍ରଫଳ ପ୍ରାୟ ୪୧୨୮୫ ବର୍ଗ କିଲୋମିଟର୍ (୧୫୯୪୦ ବର୍ଗ ମାଇଲ୍) । ଭୌଗୋଳିକ ଦୃଷ୍ଟିକୋଣରୁ ଏହାର ଭୂଭାଗ ଆଲ୍ପସ୍ ପର୍ବତଶ୍ରେଣୀ, ସ୍ଵିସ୍ ଉଚ୍ଚ-ସମଭୂମି ଓ ଜୁରା ପର୍ବତାଞ୍ଚଳ ଦ୍ଵାରା ଶୋଭିତ । ଆଲ୍ପସ୍ ପର୍ବତଶ୍ରେଣୀ ଏହି ଦେଶର ଅଧିକାଂଶ ଭାଗ ଅଧିକାର କରିଥିବା ବେଳେ ଏହାର ଉଚ୍ଚ ସମତଳ ଭୂମିରେ ପ୍ରାୟ ୮୦ ଲକ୍ଷ ସ୍ଵିସ୍ (ଈଂରାଜୀରେ Swiss) ନାଗରିକ ବସବାସ କରିଥାନ୍ତି । ଏହି ଉଚ୍ଚ ସମତଳ ଭୂମିରେ ଅନେକ ପ୍ରମୁଖ ନଗର ଗଢ଼ି ଉଠିଛି । ବିଶ୍ଵ ଅର୍ଥନୀତିର ପ୍ରମୁଖ କେନ୍ଦ୍ର ଭାବେ ପରିଗଣିତ ଜୁରିକ୍ ଓ ଜେନିଭା ତନ୍ମଧ୍ୟରୁ ଅନ୍ୟତମ ।