ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ଝାନସୀର ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ଵାଧୀନତା ସଂଗ୍ରାମର ଜଣେ ନାୟିକା । ସ୍ଵଦେଶ ଓ ସ୍ଵଜାତିକୁ ପରାଧୀନତାର ଶକ୍ତ ବନ୍ଧନରୁ ମୁକ୍ତ କରିବା ପାଇଁ ଯେଉଁ ନାରୀମାନେ ଆଗକୁ ମାଡି ଆସିଥିଲେ ସେମାନଙ୍କ ମଧ୍ୟରେ ଲକ୍ଷ୍ମୀବାଈ ଅଗ୍ରଗଣ୍ୟା। ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗ ଚାଳନା, ଅଶ୍ଵାରୋହଣ, ବିଭିନ୍ନ୍ ପ୍ରକାର ଶାରୀରିକ ବ୍ୟାୟମ,ଦୁର୍ଦ୍ଦାନ୍ତ ହସ୍ତୀ ମାନଙ୍କୁ ଆୟତ କରିବା ଆଦି ପୁରୁଷ ସୁଲଭ କଳାରେ ସେ ପାରଙ୍ଗମ ଥିଲେ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଜୟ ହିନ୍ଦ୍, ୨୦୧୪ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ପ୍ରଭାତି ମହାପାତ୍ର । ପ୍ରଭାତି ମହାପାତ୍ର ଏହି ଚଳଚ୍ଚିତ୍ରଟିର କାହାଣୀ ଲେଖିଥିଲେ । ଆଶୁତୋଷ ବାରିକ ଏବଂ ସନ୍ଚିତ୍ ଚଳଚ୍ଚିତ୍ରଟିର ସଂଳାପ ରଚନା କରିଥିଲେ । ନିର୍ଦ୍ଦେଶନ ରଞ୍ଜନ ମିଶ୍ର ଚଳଚ୍ଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତ ନିର୍ଦ୍ଦେଶକ ଶାନ୍ତିରାଜ ଖୋସ୍ଲା ଚଳଚ୍ଚିତ୍ରଟିର ଗୀତଗୁଡ଼ିକର ସ୍ୱର ସଂଯୋଜନା କରିଥିଲେ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ । ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଶ୍ରୀନିବାସ ରାମାନୁଜନ FRS ( pronunciation ) (୨୨ ଡିସେମ୍ବର ୧୯୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ ’ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ଵବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ଵବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଉଦୟଗିରି ଓ ଖଣ୍ଡଗିରି ଗୁମ୍ଫା ଅଧା ପ୍ରକୃତିକ ଓ ଅଧା ମଣିଷଦ୍ୱାରା ତିଆରି ଯାହାର ଐତିହାସିକ, ପୁରାତନ ତତ୍ତ୍ଵ ଓ ଧାର୍ମିକ ଗୁରୁତ୍ତ୍ଵ ରହିଛି । ଏହା ଓଡ଼ିଶାର ଭୁବନେଶ୍ଵରଠାରେ ଅବସ୍ଥିତ । ଗୁମ୍ଫାଗୁଡିକ ଦୁଇଟି ପାହାଡ଼ ଉଦୟଗିରି ଓ ଖଣ୍ଡଗିରିରେ ରହିଛି ଯାହା ହାତୀଗୁମ୍ଫାର ଶିଳାଲେଖରେ କୁମାରୀ ପର୍ବତ ନାମରେ ମଧ୍ୟ ଜଣା ଓ ଏହି ଦୁଇ ପାହାଡ଼ ଉଭୟଙ୍କ ଆଡକୁ ମୁଁହାଇ ରାସ୍ତାର ଦୁଇ ପାଖରେ ଅଛନ୍ତି ।ଖଣ୍ଡଗିରିରେ ୧୫ଟି ଗୁମ୍ଫା ଥିବାବେଳେ ଉଦୟଗିରିରେ ୧୮ଟି ଗୁମ୍ଫା ରହିଛି । ହାତୀ ଗୁମ୍ଫା ନିକଟରେ ବାରଭୁଜା ଦେବୀଙ୍କର ଏକ ମନ୍ଦିର ଅଛି।
ବକ୍ସି ଜଗବନ୍ଧୁ ବିଦ୍ୟାଧର ମହାବିଦ୍ୟାଳୟ
ବକ୍ସି ଜଗବନ୍ଧୁ ବିଦ୍ୟାଧର ମହାବିଦ୍ୟାଳୟ (ବିଜେବି କଲେଜ୍) ଭୁବନେଶ୍ୱରଠାରେ ଅବସ୍ଥିତ ଏକ ସରକାରୀ ମହାବିଦ୍ୟାଳୟ । ୧୯୯୯ ମସିହାରୁ ଏହି ମହାବିଦ୍ୟାଳୟ ସ୍ଵୟଂଶାସିତ ମାନ୍ୟତା ଲାଭ କରି ବକ୍ସି ଜଗବନ୍ଧୁ ବିଦ୍ୟାଧର ସ୍ଵୟଂଶାସିତ ମହାବିଦ୍ୟାଳୟ ନାମରେ ନାମିତ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ଅମ୍ଳଜାନ ଚିକିତ୍ସା (ଇଂରାଜୀ ଭାଷାରେ Oxygen therapy, ଅନ୍ୟ ନାମ ଅମ୍ଳଜାନ ପରିପୂରକ/ ସପ୍ଲିମେଣ୍ଟାଲ ଅକ୍ସିଜେନ) ଏକ ପ୍ରକାର ବ୍ୟବସ୍ଥା ଯେଉଁଥିରେ ଅମ୍ଳଜାନକୁ (oxygen) କେତେକ ରୋଗର ଡାକ୍ତରୀ ଚିକିତ୍ସାରେ (medical treatment) ବ୍ୟବହାର କରାଯାଏ । ଏହି ରୋଗଗୁଡ଼ିକର ନାମ ହାଇପୋକ୍ସିଆ (low blood oxygen), କାର୍ବନ ମୋନୋକ୍ସାଇଡ ବିଷକ୍ରିୟା (carbon monoxide toxicity), କ୍ଲସ୍ଟର ମୁଣ୍ଡବଥା (cluster headaches) ଓ ନାସା-ନିଶ୍ଚେତକ ଦେବା ସମୟରେ ଯଥେଷ୍ଟ ଅମ୍ଲଜାନ ନିମନ୍ତେ ଏହା ଦିଆଯାଏ । ସିଓପିଡି ଓ ସିସ୍ଟିକ୍ ଫାଇବ୍ରୋସିସ୍ ରୋଗମାନଙ୍କରେ ଦୀର୍ଘକାଳ ନିମନ୍ତେ ଏହା ଦିଆଯାଏ । ଅନେକ ଉପାୟରେ ଅମ୍ଳଜାନ ଦିଆଯାଏ ଯେପରିକି ନାଜାଲ କାନୁଲା (nasal cannula), ରେସ୍ପିରେଟର (face mask) ଓ ହାଇପରବାରିକ ଚାମ୍ବର (hyperbaric chamber)।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ଡାଇନୋସର ଗୁଡ଼ିକ ହେଉଛନ୍ତି ଡାଇନୋସୋରିଆ Cladeର ଏକ ବିବିଧ ପ୍ରାଣୀ ପ୍ରଜାତି ଅଟେ । ସେମାନେ ପ୍ରଥମେ ଟ୍ରାଇଆସିକ (Triassic) ଯୁଗରେ ଦେଖାଯାଉଥିଲେ , ପାଖାପାଖି ୨୩୦ ନିୟୁତ ବର୍ଷ ପୂର୍ବେ । ଜୁରାସିକ ଯୁଗର ଆରମ୍ଭରୁ (୨୦୦ ନିୟୁତ ବର୍ଷ ପୂର୍ବେ), କ୍ରେଟାସିଅସ ଯୁଗର ଶେଷ ପର୍ଯ୍ୟନ୍ତ (୬୫.୫ ନିୟୁତ ବର୍ଷ ପୂର୍ବେ) ସେମାନେ ସବୁଠାରୁ ପ୍ରଭାବଶାଳି ସ୍ଥଳଚର ଥିଲେ । Cretaceous-Paleogene extinction event ଯୋଗୁଁ ମେସୋଜୋଇକ ଯୁଗର ଶେଷ ବେଳକୁ ଅଧିକାଂଶ ଅଧିକାଂଶ ଡାଇନୋସର ପ୍ରଜାତି ବିଲୁପ୍ତ ହୋଇସାରିଥିଲେ । ଜୀବାଶ୍ମ ରେକଡ଼ ଅନୁଧ୍ୟାନରୁ ଜଣାଯାଏ ଯେ, ପକ୍ଷୀମାନଙ୍କର ଉଦ୍ଭବ ଜୁରାସିକ ଯୁଗରେ ଥେରୋପୋଡ଼ (theropod) ଡାଇନୋସରମାନଙ୍କ ଠାରୁ ହୋଇଥିଲା ଏବଂ ଆଧୁନିକ ଶ୍ରେଣୀବଭାଗ ବ୍ୟବସ୍ଥାରେ ସେମାନଙ୍କୁ ଡାଇନୋସରମାନଙ୍କ ଏକ ଉପ-ବିଭାଗର ମାନ୍ୟତା ଦିଆଯାଇଥାଏ । କିଛି ପକ୍ଷୀ ୬୫ ନିୟୁତ ବର୍ଷ ପୂର୍ବେ ହୋଇଥିବା ଏହି ବିଲୁପ୍ତ ପ୍ରକ୍ରିୟାରୁ ବର୍ତ୍ତି ଯାଇଥିଲେ ଓ ସେମାନଙ୍କ ବଂଶଧରମାନେ ଡାଇନୋସରଙ୍କ ପିଢୀକୁ ଆଜି ପର୍ଯ୍ୟନ୍ତ ନେଇ ଆସିଛନ୍ତି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ଦୁର୍ଗା ପୂଜା ହିନ୍ଦୁଧର୍ମାବଲମ୍ବୀମାନଙ୍କର ତଥା ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହି ପର୍ବର ଶେଷ ଦିନଟିକୁ ଦଶହରା ବା ବିଜୟା ଦଶମୀ ନାମରେ ପରିଚିତ । ଦୁର୍ଗା ପୂଜା ଶକ୍ତି ଉପାସନାର ପର୍ବ । ଏହା ବିଭିନ୍ନ କୁଳାଚାର ମତେ ଷୋଳଦିନ, ନଅଦିନ ବା ତିନିଦିନ ଧରି ପାଳିତ ହୁଏ । ମୁଖ୍ୟତଃ ଶରତ ଋତୁର ଆଶ୍ଵିନ ଶୁକ୍ଲପକ୍ଷ ପ୍ରତିପଦ ଠାରୁ ନବମୀ ବିଶେଷଭାବେ ଦେବୀଙ୍କ ପୂଜନର ପ୍ରକୃଷ୍ଟ ସମୟ ହୋଇଥିଲେ ହେଁ ଚୈତ୍ର ଶୁକ୍ଲ ପକ୍ଷରେ ମଧ୍ୟ ଏହା ବାସନ୍ତୀ ନବରାତ୍ର ରୂପେ ପାଳନ କରାଯାଇଥାଏ । ଦେବୀ ପୁରାଣ ଓ କାଳିକା ପୁରାଣରେ ଦୁର୍ଗାପୂଜାକୁ ଶାରଦୀୟ ପାର୍ବଣ କୁହାଯାଉଥିବା ବେଳେ ମାର୍କଣ୍ଡେୟ ପୁରାଣରେ ବାର୍ଷିକୀ ଶାରଦ ପୂଜନ କୁହାଯାଏ । ଦେବୀ ଦୁର୍ଗା ଦୁଃଖନାଶିନୀ।ନବରାତ୍ରୀରେ ଦୁର୍ଗାଙ୍କୁ ଶ୍ରଦ୍ଧାର ସହ ପୂଜା କଲେ ଉପାସକ ନବଶକ୍ତି ପ୍ରାପ୍ତ ହେଇଥାନ୍ତି । ଶାରଦୀୟ ନବରାତ୍ରୀ କାଳରେ ବ୍ରହ୍ମାଣ୍ଡର ସମସ୍ତ ଗ୍ରହ ସକ୍ରିୟ ଥିବାରୁ ଶକ୍ତି ଉପାସକଙ୍କର କୈଣସି ଅନିଷ୍ଟ ହୁଏନାହିଁ । ଦୁର୍ଗାଙ୍କର ଏହି ନବଶକ୍ତି ଜାଗ୍ରତ କରିବା ପାଇଁ ନବାର୍ଣ୍ଣ ବା ନବାକ୍ଷରୀ ମନ୍ତ୍ର ଜପ କରିବା ପାଇଁ ପରାମର୍ଶ ଦିଆଯାଇଛି । ନବର ଅର୍ଥ ନଅ ଓ ଅର୍ଣର ଅର୍ଥ ଅକ୍ଷର । ନବାର୍ଣ୍ଣ ମନ୍ତ୍ରଟି ହେଉଛି - ଐଂ ହ୍ଲୀଂ କ୍ଲୀଂ ଚାମୁଣ୍ଡାୟୈ ବିଚ୍ଚେ।ଏହି ମନ୍ତ୍ରର ପ୍ରତ୍ୟେକ ଅକ୍ଷର ଦୁର୍ଗାଙ୍କ ଗୋଟିଏ ଗୋଟିଏ ଶକ୍ତିର ପରିଚାୟକ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଆତସବାଜି ହେଉଛି ଏକ ପ୍ରକାର ବାଣ (ଫୋଟକା) ବା ନିଆଁ ବାରୁଦର ମନୋରଂଜକ ଖେଳ ଯାହା ଧାର୍ମିକ (ଦୀପାବଳି, କାର୍ତିକ ପୁନେଇଁ) ଓ ସାମାଜିକ (ବିବାହ, ବ୍ରତ) ଉତ୍ସବ ପାଳନ ସମୟରେ ବ୍ୟବହାର କରାଯାଏ। ବାରୁଦରୁ ତିଆରି ହୋଇଥିବା ବାଣରେ ନିଆଁ ଲଗାଇଲେ ଲାଲ୍, କମଳା, ହଳଦିଆ, ସବୁଜ, ନୀଳ, ନାରଂଗୀ ଓ ରୂପେଲି ଆଦି ନାନା ରଂଗର ଚିତ୍ର, ଶବ୍ଦ ଓ ଗତିର ଅଗ୍ନିକ୍ରୀଡ଼ା ଦିଶେ। ସମଗ୍ର ପୃଥିବୀରେ ବିଭିନ୍ନ ପ୍ରାଂତରେ ଏହାର ବହୁଳ ପ୍ରୟୋଗ ଦେଖାଯାଏ।
ପ୍ରଶାନ୍ତ ମହାସାଗର (Pacific Ocean) ପୃଥିବୀର ବୃହତ୍ତମ ଓ ଗଭୀରତମ ମହାସାଗର । ଏହାର ପଶ୍ଚିମରେ ଏସିଆ ଓ ଅଷ୍ଟ୍ରେଲିଆ ମହାଦେଶ ରହିଅଛି । ପୂର୍ବରେ ଉତ୍ତର ଆମେରିକା ଓ ଦକ୍ଷିଣ ଆମେରିକା ଅଛି । ଏହାର ଦକ୍ଷିଣରେ ଦକ୍ଷିଣ ମହାସାଗର (Antarctic Ocean ) ତଥା ଆଣ୍ଟାର୍କଟିକା ମହାଦେଶ ଏବଂ ଉତ୍ତରରେ ଉତ୍ତର ମହାସାଗର (Arctic Ocean) ରହିଛି । ପୃଥିବୀ ପୃଷ୍ଠର କ୍ଷେତ୍ରଫଳର ପ୍ରାୟ ଏକ ତୃତୀୟାଂଶ ଏହାର ଅନ୍ତର୍ଗତ । ଏହାର ହାରାହାରି ଗଭୀରତା ପ୍ରାୟ ୩୯୪୦ ମିଟର । ଏହି ମହାସାଗରରେ ଗୁଆମ ଦ୍ୱୀପ ନିକଟରେ ପୃଥିବୀର ଗଭୀରତମ ମ୍ୟାରିଆନା ଖାତ (Mariana Trench) ଅବସ୍ଥିତ । ଏହି ଖାତର ଗଭୀରତା ୧୧୦୩୫ ମିଟର । ପ୍ରଶାନ୍ତ ମହାସାଗରରେ (Pacific Ocean) ଛୋଟ ବଡ଼ ଅନେକଗୁଡ଼ିଏ ଦ୍ୱୀପ ରହିଛି । ଏମାନଙ୍କ ମଧ୍ୟରୁ ମୁଖ୍ୟ ଦ୍ୱୀପଗୁଡ଼ିକ ହେଉଛି:
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଆଲବର୍ଟ ଆଇନଷ୍ଟାଇନ (ଜନ୍ମ: ୧୪ ମାର୍ଚ୍ଚ ୧୮୭୯) ଜଣେ ଜର୍ମାନ ନୋବେଲ ପୁରସ୍କାର ବିଜେତା ଯିଏ ସାଧାରଣ ଆପେକ୍ଷିକ ତତ୍ତ୍ଵ ତିଆରି କରିଥିଲେ ଯାହା ଭୌତିକ ବିଜ୍ଞାନରେ ବିପ୍ଳବ ସୃଷ୍ଟି କରିଥିଲା । ଏଥିପାଇଁ ତାଙ୍କୁ ଆଧୁନିକ ଭୌତିକ ବିଜ୍ଞାନର ଜନକ କୁହାଯାଏ । ସେ ଆପେକ୍ଷିକ ତତ୍ତ୍ଵ ଏବଂ ବସ୍ତୁତ୍ଵ ଶକ୍ତି ସମୀକରଣ E = mc2 ପାଇଁ ସବୁଠୁ ଅଧିକ ଜଣାଶୁଣା ଥିଲେ । ତାଙ୍କୁ ସୈଦ୍ଧାନ୍ତିକ ଭୌତିକ ବିଜ୍ଞାନ, ବିଶେଷତଃ ଆଲୋକ-ବିଦ୍ୟୁତ ବିକିରଣର ସନ୍ଧାନ ପାଇଁ ୧୯୨୧ରେ ନୋବେଲ୍ ପୁରସ୍କାର ପ୍ରଦାନ କରା ଗଲା । ଆଇନଷ୍ଟାଇନ ଆପେକ୍ଷିକତାର ବିଶେଷ ଏବଂ ସାଧାରଣ ସିଦ୍ଧାନ୍ତ ସହିତ ଅନେକ ଯୋଗଦାନ ଦେଇଛନ୍ତି । ସେ ୧୮ ଅପ୍ରେଲ ୧୯୫୫ରେ ମୃତ୍ୟୁବରଣ କରିଥିଲେ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଜୈନଧର୍ମ ଏକ ପ୍ରାଚୀନ ଧର୍ମ ବୋଲି ଐତିହାସିକମାନେ ମତବ୍ୟକ୍ତ କରନ୍ତି । ସମ୍ଭବତଃ ଜୈନଧର୍ମ ହିଁ ବୈଦିକ କର୍ମକାଣ୍ଡ, ଜୀବହତ୍ୟା, ବ୍ୟୟସାପେକ୍ଷ ଯଜ୍ଞାନୁଷ୍ଠାନ , ଜାତିପ୍ରଥା ଆଦିର ବିରୋଧ କରିଥିଲା । ଅଙ୍ଗସୂତ୍ର,ଉପାଙ୍ଗସୂତ୍ର, କଳ୍ପସୂତ୍ର ପ୍ରଭୃତି ଜୈନମାନଙ୍କର ପ୍ରଧାନ ଧର୍ମଗ୍ରନ୍ଥ । ଖ୍ରୀଷ୍ଟପୂର୍ବ ଷଷ୍ଠ ଶତାବ୍ଦୀରେ ବର୍ଦ୍ଧମାନ ମହାବୀର ଜୈନ ଧର୍ମ ପ୍ରଚାର କରିଥିଲେ ।
ନରେନ୍ଦ୍ର ଦାମୋଦରଦାସ ମୋଦୀ (ଜନ୍ମ: ୧୭ ସେପ୍ଟେମ୍ବର ୧୯୫୦) ଭାରତର ୧୫ମ ପ୍ରଧାନମନ୍ତ୍ରୀ । ସେ ଭାରତୀୟ ଜନତା ପାର୍ଟିର ଜଣେ ପ୍ରମୁଖ ସଦସ୍ୟ। ସେ ୨୦୧୪ ଲୋକ ସଭା ନିର୍ବାଚନରେ ଭାରତର ପ୍ରମୁଖ ବିପକ୍ଷ ଦଳ ଭାରତୀୟ ଜନତା ପାର୍ଟି ତରଫରୁ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ଗଠବନ୍ଧନର ପ୍ରଧାନମନ୍ତ୍ରୀ ପ୍ରାର୍ଥୀଭାବେ ନିର୍ବାଚନ ଲଢିଥିଲେ ଏବଂ ଉତ୍ତର ପ୍ରଦେଶ ଓ ଗୁଜରାଟରୁ ଯଥାକ୍ରମେ ବାରଣାସୀ ଓ ଭଦୋଦରାରୁ ବିଜୟୀ ହୋଇଥିଲେ । ୧୯୯୮ ମସିହାରେ ଭାରତୀୟ ଜନତା ପାର୍ଟିର ନେତା ଲାଲ କୃଷ୍ଣ ଆଡ଼ଭାନୀଙ୍କଦ୍ଵାରା ଗୁଜରାଟ ଏବଂ ହିମାଚଳ ପ୍ରଦେଶର ନିର୍ବାଚନ ପ୍ରଚାର ପାଇଁ ପସନ୍ଦ କରାଯାଇଥିଲା । ୨୦୦୧ ମସିହାରେ ଗୁଜରାଟର ପୂର୍ବତନ ମୂଖ୍ୟମନ୍ତ୍ରୀ କେଶୁଭାଇ ପଟେଲ ଇସତଫା ଦେବାପରେ ସେ ମୂଖ୍ୟମନ୍ତ୍ରୀ ଭାବେ ୨୦୦୧ ଅକ୍ଟୋବର ୭ ତାରିଖରେ ଶପଥ ଗ୍ରହଣ କରିଥିଲେ । ପୁନର୍ବାର ୨୦୦୭ ଗୁଜରାଟ ବିଧାନ ସଭା ନିର୍ବାଚନରେ ବିପୁଳ ସମର୍ଥନରେ ବିଜୟୀ ହୋଇ ସେ ତୃତୀୟ ଥର ପାଇଁ ମୂଖ୍ୟମନ୍ତ୍ରୀ ହୋଇଥିଲେ । ସେ ଉଭୟ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଜଣେ ବିବାଦୀୟ ବ୍ୟକ୍ତି।
ଭୁବନେଶ୍ଵର ଭୁବନେଶ୍ଵର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ଵର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ଵର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ଵାରା ବିଶେଷ ଆଦୃତ ହୋଇଅଛି ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ଵ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ଵାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା । ସେ ୧୮୨୭-୧୮୬୪ ମସିହା ଜାନୁଆରୀ ୨୩ ତାରଖି ପର୍ଯ୍ୟନ୍ତ ବିଦ୍ରୋହର ବହ୍ନିକୁ ପ୍ରଜ୍ଜ୍ୱଳତି କରି ରଖିଥିଲେ । ସୁରେନ୍ଦ୍ର ସାଏ ୧୮୨୭ରୁ ୧୮୪୦ ପର୍ଯ୍ୟନ୍ତ ୧୩ ବର୍ଷ ଓ ୧୮୫୭ରୁ ୧୮୬୪ ପର୍ଯ୍ୟନ୍ତ ୭ ବର୍ଷ ଏହିପରି ଦୁଇଟି ପର୍ଯ୍ୟାୟରେ ମୋଟରେ ୨୦ ବର୍ଷ ଇଂରେଜ ସରକାରଙ୍କ ବିରୁଦ୍ଧରେ ନିରବଚ୍ଛିନ୍ନ ଭାବରେ ଲଢ଼େଇ କରିଥିଲେ । ପ୍ରଥମ ପର୍ଯ୍ୟାୟରେ ଇଂରେଜମାନଙ୍କ ବିରୁଦ୍ଧରେ ତାଙ୍କର ସଂଗ୍ରାମ ୧୮୨୭-୧୮୪୦ ମସିହା ପର୍ଯ୍ୟନ୍ତ ବିକ୍ଷିପ୍ତ ଏବଂ ସୀମିତ ଥିଲା । କିନ୍ତୁ ଦ୍ୱିତୀୟ ପର୍ଯ୍ୟାୟରେ ଏହା ଅଧିକ ସୁସଙ୍ଗଠିତ, ସୁସଂହତ ତଥା ବୀରତ୍ୱପୂର୍ଣ୍ଣ ଥିଲା । ତାଙ୍କର ଅଦ୍ଭୁତ ସଂଗଠନ ଶକ୍ତି, ଅସୀମ ପରାକ୍ରମ, ଅସାଧାରଣ ରଣକୌଶଳ ବ୍ରିଟିଶ୍ ଶାସକ ଓ ସୈନ୍ୟବାହିନୀକୁ ଆଶ୍ଚର୍ଯ୍ୟାନ୍ୱିତ କରିଥିଲା ।
ସାହିତ୍ୟ ଭାରତୀ କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକା ଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ ।
ଭାତୁଡ଼ି (ଇରାଜୀ ଭାଷାରେ Warts) ଏକ ଛୋଟ, ଖଦଡ଼ା ଓ ଟାଣ ଅର୍ବୁଦ ସମ୍ପନ୍ନ ଚର୍ମ ରୋଗ ଯାହାର ରଙ୍ଗ ଅନ୍ୟାନ୍ୟ ସ୍ଥାନର ଚର୍ମ ରଙ୍ଗ ସହ ସମାନ ଥାଏ । ଏଥିରେ ଅନ୍ୟ କୌଣସି ଲକ୍ଷଣ ପ୍ରକାଶ ପାଏ ନାହିଁ; କେବଳ ପାଦ ତଳେ ହେଲେ କଷ୍ଟ ହୁଏ । ସାଧାରଣ ଭାବରେ ହାତ ଓ ପାଦରେ ହେଉଥିଲେ ମଧ୍ୟ ଦେହର ଯେ କୌଣସି ସ୍ଥାନରେ ହୋଇପାରିବ । ଏକ ବା ଏକାଧିକ ଭାତୁଡ଼ି ବାହାରିପାରେ । ଏହାର କର୍କଟ ରୋଗ ସହିତ ସମ୍ପର୍କ ନ ଥାଏ ।
ହୀରାକୁଦ ମହାନଦୀ ତଟରେ ଅବସ୍ଥିତଥିବା ଓଡ଼ିଶାର ସବୁଠୁ ବଡ଼ ନଦୀବନ୍ଧ ଓ ଜଳ ପରିଯୋଜନା । ଏଠାରୁ ଜଳ ବିଦ୍ୟୁତ ଶକ୍ତି ଉତ୍ପାଦନ କରାଯାଇ ସାରା ଓଡ଼ିଶାକୁ ବିତରଣ କରାଯାଏ । ଏହା କୃଷି ଜଳସେଚନରେ ମଧ୍ୟ ସାହାଯ୍ୟ କରେ । ବନ୍ୟା ନିୟନ୍ତ୍ରଣ, ଜଳସେଚନ ଓ ବିଦ୍ୟୁତ ଉତ୍ପାଦନକୁ ଦୃଷ୍ଟିରେ ରଖି ହୀରାକୁଦ ବହୁମୁଖୀ ନଦୀବନ୍ଧ ଯୋଜନା ଭାରତ ସରକାରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୧୯୫୭ରେ ସମ୍ପୂର୍ଣ୍ଣ ହୋଇଥିଲା । ଏହି ନଦୀବନ୍ଧ ଯୋଜନାରେ ସମୁଦାୟ ୮୪,୯୯୪ ବର୍ଗ କି.ମି. ଅଞ୍ଚଳରୁ ଜଳ ସଂଗୃହିତ ହେଉଥିବାବେଳେ ସେଥିରୁ ୬୭,୧୬୮ ବର୍ଗ କି.ମି.
ମା’ ଶାରଳାଙ୍କ ମନ୍ଦିର ଓଡ଼ିଶା ରାଜ୍ୟର ଜଗତସିଂହପୁର ଜିଲ୍ଲାରେ ଅବସ୍ଥିତ। ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଲିଖିତ ଜଗନ୍ନାଥ ମନ୍ଦିର ଓ ଜଗନ୍ନାଥ ବହିରେ ସପ୍ତମ ପରିଚ୍ଛେଦରେ ଲିଖିତ ଅଛି - ରତ୍ନଗିରି ଦକ୍ଷିଣକୁ ସିଧାସଳଖ ପ୍ରାୟ ୨୦ ମାଇଲ ଦୂରରେ ପ୍ରସିଦ୍ଧ ତିର୍ତ୍ତୋଳ ଭୂବନ୍ଦର । ଏହାକୁ ହୁଏନସାଂ ଚେଲିତାଲେ କହିଛନ୍ତି । ତିରିତୋଳର ବର୍ତ୍ତମାନ ନାମ ତିର୍ତ୍ତୋଲ । ଏହା ନିକଟରେ ଥିବା ଝଙ୍କଡ଼ଠାରେ ଦେବୀ ଶାରଳାଙ୍କ ପୀଠ। ସାରଳା ମହାଭାରତରେ ଏହି ଝଙ୍କଡ଼କୁ ଜଙ୍ଗେର ବା ଜଙ୍ଗେରପୁର କୁହାହୋଇଛି । ପୂର୍ବେ ପୂର୍ବଭାରତର ପ୍ରସିଦ୍ଧ ବନ୍ଦର ଚେଳିତାଳୋ ଥିବା ଯୋଗୁଁ ସେହି ଅଞ୍ଚଳରେ ଯକ୍ଷ ବା ଜଙ୍ଖମାନେ ରହିବା ସ୍ୱାଭାବିକ। ତେଣୁ ଜଙ୍ଖମାନେ ରହୁଥିବା ଅଞ୍ଚଳକୁ ଜଙ୍ଖେରପୁର କୁହାଯାଉଥିବା ସମ୍ଭବ। ସେତେବେଳେ ବୃଦ୍ଧା ଏବଂ ଚନ୍ଦ୍ରଭାଗା ଦୁଇଟି ନଦୀ ଶାରଳା ଠାକୁରାଣୀଙ୍କ ବିଜେସ୍ଥଳୀର ଉତ୍ତର ଦକ୍ଷିଣରେ ପ୍ରବାହିତ ହୋଇ ସମୁଦ୍ରରେ ମିଶିଥିଲେ । ବର୍ତ୍ତମାନ ସେହି ବୃଦ୍ଧନଦୀ ବୁଢ଼ାନଈ ନାମରେ ନାମିତ । ସାରଳା ଦାସ ବୃଦ୍ଧନଦୀକୁ ବୁଧମାତା ନାମେ ନଦୀ’ବର୍ଣ୍ଣନା କରିଛନ୍ତି । ସାରଳା ଦାସ ତାଙ୍କ ପୁରାଣରେ ଶାରୋଳ ଗ୍ରାମରେ ଶାରଳାପୀଠ ଅବସ୍ଥିତ ବୋଲି କହିଛନ୍ତି । ବର୍ତ୍ତମାନ ଝଙ୍କଡ଼ ପ୍ରଗଣାରେ ବଡ଼ ଶାରୋଳ ଓ ସାନ ଶାରୋଳ ନାମରେ ଦୁଇଟି ଗ୍ରାମ ଅଛି । ସେହି ଗ୍ରାମ ନିକଟରେ ପୂର୍ବେ ଶାରଳା ଠାକୁରାଣୀଙ୍କ ମନ୍ଦିର ଥିଲା ।
ଦୁର୍ଗା ପୂଜା ଆଶ୍ଵିନ ମାସରେ ହିନ୍ଦୁମାନେ ପାଳନ କରୁଥିବା ଏକ ଉତ୍ସବ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନହେଲେ ସେତେବେଳେ ବ୍ରହ୍ମା, ଶ୍ରୀବିଷ୍ଣୁ ଓ ଶିବଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜଦ୍ଵାରା ଦୁର୍ଗାଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳଦ୍ଵାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଗଦ୍ଵାରା ଶିରଚ୍ଛେଦ କଲେ । ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ । ତ୍ରେତୟା ଯୁଗରେ ରାବଣକୁ ପରାସ୍ତ କରିବା ନିମନ୍ତେ ରାମଚନ୍ଦ୍ର ଚୈତ୍ର ବଦଳରେ ଆଶ୍ଵିନରେ ଏହି ପୂଜା କରିଥିଲେ, ସେବେଠାରୁ ଏହା ଉଭୟ ଚୈତ୍ର ବାସନ୍ତୀ ନବରାତ୍ର ଓ ଆଶ୍ଵିନ ଶାରଦ ନବରାତ୍ର ଭାବେ ବିଦିତ ଓ ଉଭୟ ସମୟରେ ଦେବୀଙ୍କ ମହାପୂଜା ପ୍ରଚଳିତ । ନବମୀର ପରବର୍ତ୍ତୀ ଦିନ ବିଜୟଉତ୍ସବ ବା ବିଜୟାଦଶମୀ ପାଳିତ ହୁଏ,ଏହା ଦେବତାମାନଙ୍କଦ୍ଵାରା ମା ଦୁର୍ଗାଙ୍କ ଯୁଦ୍ଧ ପରବର୍ତ୍ତୀ ବିଜୟାଭିଷେକର ପରମ୍ପରାକୁ ସୂଚାଏ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
ଜୀବ ବିଜ୍ଞାନ ଦୁଇଟି ଶବ୍ଦକୁ ନେଇ ଗଠିତ, ଜୀବ ଓ ବିଜ୍ଞାନ । ଜୀବ କହିଲେ ପୃଥିବୀରେ ବାସକରୁଥିବା ଯେ କୌଣସି ଜୀବନ୍ତ ପ୍ରାଣୀ ବା ଉଦ୍ଭିଦକୁ ବୁଝାଏ ଏବଂ ଜୀବ ବିଜ୍ଞାନ ସେମାନଙ୍କ ବିଷୟରେ ବିଜ୍ଞାନ ଜ୍ଞାନ ପ୍ରଦାନ କରେ । ବିଜ୍ଞାନର ଯେଉଁ ବିଭାଗରେ ଜୀବଜନ୍ତୁ ଏବଂ ସେମାନଙ୍କ ଗୁଣ, ଧର୍ମ ଓ ବିଶେଷତ୍ଵ ବିଷୟରେ ଆଲୋଚନା କରାଯାଏ ତାହାକୁ ଜୀବବିଜ୍ଞାନ କୁହାଯାଏ । ଏହା ଏକ ବିସ୍ତୃତ ବିଷୟ ଯାହାକି ପାଞ୍ଚୋଟି ମୂଖ୍ୟ ମତ ଉପରେ ଆଧାରିତ ।