ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ମକର ସଂକ୍ରାନ୍ତି ଏକ ସର୍ବ ଭାରତୀୟ ପର୍ବ । ଏହି ପର୍ବକୁ ସମସ୍ତେ ଉତ୍ସାହର ସହିତ ପାଳନ କରନ୍ତି । ଭାରତ ବାହାରେ ରୋମାନ ଓ ଇହୁଦୀମାନେ ମଧ୍ୟ ଏହିପର୍ବ ପାଳନ କରନ୍ତି । ଭାରତର ବିଭିନ୍ନ ଅଞ୍ଚଳ ଅପେକ୍ଷା ଦକ୍ଷିଣ ଭାରତରେ ଏହା ସବୁଠାରୁ ବଡ଼ ପର୍ବ । ଦକ୍ଷିଣରେ ଏହାକୁ ପୋଙ୍ଗଲ ବୋଲି କହନ୍ତି । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରିଥାନ୍ତି । ସୌର ଗଣନା ଅନୁସାରେ ମକର ସଂକ୍ରାନ୍ତିକୁ ମକର ମାସର ପ୍ରଥମ ଦିନ ହିସାବରେ ଗ୍ରହଣ କରାଯାଏ । ସଂକ୍ରାନ୍ତି ହେଉଛି ସୂର୍ଯ୍ୟଙ୍କର ସଂକ୍ରମଣ ବା ଗୋଟିଏ ରାଶିରୁ ଅନ୍ୟ ରାଶିକୁ ଚଳନ କରିବାର ଦିନ । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ଧନୁ ରାଶିରୁ ମକର ରାଶିକୁ କ୍ରମଶଃ ଗମନ କରନ୍ତି । ଏହି ଦିନଠାରୁ ସୂର୍ଯଙ୍କର ଉତ୍ତରାୟଣ ଗତି ଆରମ୍ଭ ହୋଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ସୂର୍ଯ୍ୟଙ୍କର ଏକ ରାଶିରୁ ଅନ୍ୟରାଶି ଗମନକୁ ସଂକ୍ରାନ୍ତି କହନ୍ତି । ଅମାବାସ୍ୟା ଓ ପୂର୍ଣ୍ଣିମାକୁ ଧରି ଚନ୍ଦ୍ରଙ୍କ କ୍ଷୟବୃଦ୍ଧି ସହିତ ଚାନ୍ଦମାନ ଓ ସଂକ୍ରାନ୍ତି କଳାରେ ସୌରମାନ ମାସ ଆମର ପଞ୍ଜିକାରେ ଅନ୍ତର୍ଭୁକ୍ତ । ଅମାବାସ୍ୟା ଓ ପୂର୍ଣ୍ଣିମା ଚନ୍ଦ୍ର ଦର୍ଶନ ଯୋଗୁଁ ପ୍ରତ୍ୟକ୍ଷରେ ଉପଲବ୍ଧ କରିହୁଏ; କିନ୍ତୁ ସୂର୍ଯ୍ୟଙ୍କ ଗତି ଯୋଗୁଁ ଦିନ ରାତି ଏବଂ ଋତୁମାନଙ୍କର ପରିବର୍ତ୍ତନ ହୁଏ । ପ୍ରତି ଇଂରାଜୀ ମାସର ତା୧୩ରିଖ ଠାରୁ ତା୧୫ରିଖ ମଧ୍ୟରେ ସୂର୍ଯ୍ୟ ଗୋଟିଏ ରାଶିରୁ ଅନ୍ୟ ଏକ ରାଶିକୁ ଗମନ କରିବା ଯୋଗୁଁ ସୂର୍ଯ୍ୟଙ୍କର ସଂକ୍ରମଣ କ୍ରିୟା ବା ସଂକ୍ରାନ୍ତି ହୁଏ । ତେଣୁ ସୂର୍ଯ୍ୟଙ୍କ ଅୟନ କ୍ରମେ ସେହି ସଂକ୍ରାନ୍ତିଗୁଡିକ ନାମିତ ହୋଇଥାନ୍ତି । ଏହିପରି ସୌରମାନ ମାସଗୁଡ଼ିକୁ ଇଂରାଜୀ ମାସିକ ପଞ୍ଜିକା ଅନୁସାରେ ଗଣନା କରାଯାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ରାମକୃଷ୍ଣ ପରମହଂସ(ବଙ୍ଗଳା: রামকৃষ্ণ পরমহংস) (୧୮ ଫେବୃଆରୀ,୧୮୩୬-୧୬ ଅଗଷ୍ଟ,୧୮୮୬) ପୂର୍ବନାମ ଗଦାଧର ଚଟ୍ଟୋପାଧ୍ୟାୟ । ଉନବିଂଶ ଶତାବ୍ଦୀର ବିଖ୍ୟାତ ଯୋଗୀ,ଦାର୍ଶନିକ ଓ ହିନ୍ଦୁ ଧର୍ମଗୁରୁ । ତାଙ୍କ ପ୍ରଚାରିତ ଧର୍ମୀୟ ଚିନ୍ତାଧାରାରେ ରାମକୃଷ୍ଣ ମିଶନର ପ୍ରତିଷ୍ଠା କରିଥିଲେ ତାଙ୍କର ପ୍ରଧାନ ଶିଷ୍ୟ ସ୍ଵାମୀ ବିବେକାନନ୍ଦ । ଉନବିଂଶ ଶତାବ୍ଦୀର ହିନ୍ଦୁ ନବଜାଗରଣରେ ଉଭୟଙ୍କର ଦାନ ଅତୁଳନୀୟ ।
ଭାରତରେ ପ୍ରଚଳିତ ଶାସ୍ତ୍ରୀୟ ନୃତ୍ୟମାନଙ୍କ ମଧ୍ୟରୁ ଓଡ଼ିଶୀ ନୃତ୍ୟ ଅନ୍ୟତମ । ଏହାର ପରମ୍ପରା ଅତି ପ୍ରାଚୀନ । ଖାରବେଳଙ୍କ ସମୟରେ ଖୋତିତ ରାଣୀଗୁମ୍ଫା,ସ୍ଵର୍ଗପୁରୀ ଓ ମଞ୍ଚପୁରୀ ଗୁମ୍ଫାର ଗାତ୍ରରେ ଦେଖିବାକୁ ମିଳୁଥିବା ନର୍ତ୍ତକୀମାନଙ୍କର ପ୍ରତିମା ତଥା ହାତୀଗୁମ୍ଫା ଅଭିଲେଖରେ ବର୍ଣ୍ଣିତ ନୃତ୍ୟ ଓଡ଼ିଶୀନୃତ୍ୟର ପ୍ରାଚୀନତା ପ୍ରତିପାଦନ କରେ । ଭରତଙ୍କ ନାଟ୍ୟଶାସ୍ତ୍ରରେ ଉଲ୍ଲିଖିତ କଳିଙ୍ଗ ନୃତ୍ୟ ଶୈଳୀ ଓଡ଼ିଶୀ ନୃତ୍ୟର ସ୍ଵାତନ୍ତ୍ରତା ପ୍ରମାଣିତ କରେ । ଭୁବନେଶ୍ଵରର ପର୍ଶୁରାମେଶ୍ଵର ମନ୍ଦିର,ବୈତାଳ ମନ୍ଦିର,ଶିଶିରେଶ୍ଵର ମନ୍ଦିର, ମାର୍କଣ୍ଡେଶ୍ଵର ମନ୍ଦିର,ମୁକ୍ତେଶ୍ଵର ମନ୍ଦିର, ରାଜରାଣୀ ମନ୍ଦିର,ଲିଙ୍ଗରାଜ ମନ୍ଦିର, ମେଘେଶ୍ଵର ମନ୍ଦିର ପ୍ରଭୃତି, ପୁରୀର ଜଗନ୍ନାଥ ମନ୍ଦିର ଏବଂ କୋଣାର୍କ ସୂର୍ଯ୍ୟମନ୍ଦିରର ବର୍ହିଭାଗରେ ଖୋଦିତ ନର୍ତ୍ତକୀ ଓ ନାୟିକାମାନଙ୍କର ଅଙ୍ଗଭଙ୍ଗୀ ଓ ମୁଦ୍ରାରୁ ଓଡ଼ିଶୀ ନୃତ୍ୟର ପରମ୍ପରା ସମୃଦ୍ଧ ହୋଇଥିବା ଜଣାଯାଏ । ପରବର୍ତ୍ତୀ କାଳରେ ଏହି ନୃତ୍ୟ ଦେବଦାସୀ ନୃତ୍ୟ (ମାହାରୀ) ଓ ଗୋଟିପୁଅମାନଙ୍କଦ୍ଵାରା ପରିବେଷିତ ହୋଇ ଆସୁଥିଲା । ଆମଦେଶ ସ୍ଵାଧୀନ ହେବା ପରେ ଏହି ନୃତ୍ୟ ପରମ୍ପରାର ପୁନରୁଦ୍ଧାର କରାଯାଇ ଓଡ଼ିଶୀ ନାମରେ ନାମିତ କରାଗଲା ଓ ଏହା ଶାସ୍ତ୍ରୀୟ ନୃତ୍ୟର ମର୍ଯ୍ୟାଦା ଲାଭ କଲା । ଏହି ଉଦ୍ୟମରେ ସାର୍ଥକତା ଲାଭକରିଥିବା ବ୍ୟକ୍ତିମାନକ ମଧ୍ୟରୁ କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକ, ନୃତ୍ୟଗୁରୁ ପଙ୍କଜଚରଣ ଦାସ, ଦେବପ୍ରସାଦ ଦାସ ଓ କେଳୁଚରଣ ମହାପାତ୍ର ଅନ୍ୟତମ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ସ୍ଵାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ଵ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ଵଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ଵଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ଵନାଥ ଦତ୍ତ ଓ ଭୁବନେଶ୍ଵରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ଵାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ଗେରୁଆ ପୋଷାକ ଧାରଣ କରିଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ଵରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
କ୍ରିଏଟିଭ କମନ୍ସ(ସିସି) ଏକ ଆମେରିକୀୟ ଅଣଲାଭକାରୀ ସଂସ୍ଥା ଯାହା ରଚନାତ୍ମକ କାମକୁ ଆଇନଗତ ଭାବେ ବାଣ୍ଟିବା ଓ ବ୍ୟବହାର କରିବାରେ ସାହାୟତା କରେ। ଏହି ସଂସ୍ଥା କପିରାଇଟ ଲାଇସେନ୍ସ ରୂପରେ କ୍ରିଏଟିଭ କମନ୍ସ ଲାଇସେନ୍ସ ବା ସିସି ଲାଇସେନ୍ସ ପ୍ରକାଶିତ କରିଛି ଯାହା ନିଶୁଳ୍କ ଭାବେ ବ୍ୟବହାର କରିହେବ। ଏହି ଲାଇସେନ୍ସ ସ୍ରଷ୍ଠାକୁ କିଛି ଅଧିକାର ରଖିବାରେ ସାହାୟତା କରେ। ସହଜରେ ବ୍ୟବହାରକାରୀକୁ ଲାଇସେନ୍ସ ବିଷୟରେ ବୁଝେଇବା ପାଇଁ କିଛି ପ୍ରତୀକ ମଧ୍ୟ ବ୍ୟବହାର କରାଯାଏ। କ୍ରିଏଟିଭ କମନ୍ସ କପିରାଇଟର ଅନ୍ୟ ରୁପ ନୁହଁ କିନ୍ତୁ ତା ଉପରେ ଆଧାରିତ ଅଟେ।
କୁଚିପୁଡ଼ି ନୃତ୍ୟ ଭାରତର ଏକ ଲୋକପ୍ରିୟ ନୃତ୍ୟ । ଏହା ଏକ ଶାସ୍ତ୍ରୀୟ ନୃତ୍ୟ । ପ୍ରଥମେ ଏହା ଦକ୍ଷିଣ ଭାରତ ଆନ୍ଧ୍ର ପ୍ରଦେଶର କୁଚିଲାପୁରମ୍ ଗ୍ରାମରେ ଆରମ୍ଭ ହୋଇଥିଲା । କୁଚିଲାପୁରମ୍ ଗ୍ରାମର ନାମ ଅନୁସାରେ ଏହି ନୃତ୍ୟର ନାମ ‘କୁଚିପୁଡ଼ି’ ରଖାଯାଇଛି । ଏହି ନୃତ୍ୟ ପାଇଁ କେରଳ ପ୍ରସିଦ୍ଧ । ଏହି ନୃତ୍ୟ ହିନ୍ଦୁ ଧର୍ମ ବିଷୟ ଆଧାରରେ ପରିବେଷଣ କରାଯାଏ । ଏହା ଏକ ଧାର୍ମିକ ନୃତ୍ୟ । ଧାର୍ମିକ ଗୀତର ତାଳେ ତାଳେ ଏହି ନୃତ୍ୟ ହୋଇଥାଏ । ଏହା ମଧ୍ୟ ଭାରତନାଟ୍ୟମ୍ ଭାବେ ଖ୍ୟାତି ଅର୍ଜନ କରିଛି । ଏହା ପ୍ରଥମେ ପୁରୁଷଙ୍କଦ୍ୱାରା ଆରମ୍ଭ ହୋଇଥିଲା । ପ୍ରଥମେ ପୁରୁଷମାନେ ମିଳିତ ହୋଇ ଏପରି ନୃତ୍ୟ ଆରମ୍ଭ କରିଥିଲେ । ପରେ କିନ୍ତୁ ମହିଳାମାନେ ଏହି ନୃତ୍ୟରେ ସାମିଲ୍ ହେଲେ । ଗୀତଗୋବିନ୍ଦ, ରାମାୟଣ, ପୁରାଣ, କୃଷ୍ଣଲୀଳା ଉପରେ ଭିନ୍ନ ଭିନ୍ନ ଗୀତରେ ଏହି ନୃତ୍ୟ ପରିବେଷଣ କରାଯାଏ ।
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯)
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯) ୨୦୧୫ରେ ପ୍ରକାଶିତ ଏକ ଓଡ଼ିଆ ବହି । ଏଥିରେ ୧୯୩୬ରୁ ୧୯୬୯ ଭିତରେ ମୁକ୍ତିଲାଭ କରିଥିବା ଓଡ଼ିଆ ସିନେମା ସଂଗୀତ ସଂକଳିତ । ଏହା ସାମ୍ବାଦିକ ଓ ଓଡ଼ିଆ ଚଳଚ୍ଚିତ୍ର ସଂରକ୍ଷକ ସୂର୍ଯ୍ୟ ଦେଓଙ୍କଦ୍ୱାରା ସଂକଳିତ । ଏଥିରେ ଚଳଚ୍ଚିତ୍ର ସମ୍ପୂର୍ଣ୍ଣ ସଙ୍ଗୀତ ସହ ସେସବୁର ବିବରଣୀ, ସଂଗୀତକାର ଓ ଗୀତିକାରଙ୍କ ସମ୍ବନ୍ଧରେ ସଂକ୍ଷିପ୍ତ ପରିଚୟ ଏବଂ ଚଳଚ୍ଚିତ୍ର ସଙ୍ଗୀତର ପରଦା ପଛର କାହାଣୀ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱର ସ୍ଥିତ ସୃଜନଦ୍ୱାରା ୨୦୧୫ ମସିହାରେ ମେ ୨୩ ତାରିଖରେ ପ୍ରଥମେ ପ୍ରକାଶିତ ହୋଇଥିଲା । ଏଥିରେ ମନୋଜ ଦାସ, ମାୟାଧର ମାନସିଂହ, ଗୋଦାବରୀଶ ମହାପାତ୍ର, କୃଷ୍ଣପ୍ରସାଦ ବସୁ ଆଦି ଓଡ଼ିଆ ଲେଖକଙ୍କ ରଚନା ସ୍ଥାନୀତ ହୋଇଥିବା ଗୀତ ରହିଛି ।
ଗୋଟିଏ ସ୍ଵାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ଵାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ଵ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ସରସ୍ଵତୀ ପୂଜା ମାଘମାସ ଶୁକ୍ଳପକ୍ଷ ପଞ୍ଚମୀତିଥି ଦିନ ପାଳନ କରାଯାଏ । ବିଦ୍ୟାପ୍ରାପ୍ତି ନିମିତ୍ତ ବିଦ୍ୟାର ଅଧିଷ୍ଠାତ୍ରୀ ଦେବୀ ବିଦ୍ୟାଦାୟିନୀ, ହଂସବାହିନୀ, ବୀଣା ପୁସ୍ତକ ଧାରିଣୀ ଦେବୀ ସରସ୍ଵତୀଙ୍କର ପୂଜା ଓ ଆରାଧନା ଏଇ ଦିନ ମୁଖ୍ୟତଃ ଶିକ୍ଷାନୁଷ୍ଠାନରେ କରାଯାଏ । ଛାତ୍ରଛାତ୍ରୀମାନେ ପୂଜାମଣ୍ଡପକୁ ଅତି ମନୋରମ ଭାବେ ସଜାଇ ଥାଆନ୍ତି । ମାତା ସରସ୍ଵତୀଙ୍କର ପୂଜା ଓ ପୁଷ୍ପାଞ୍ଜଳୀ ଦେବା ପର୍ଯ୍ୟନ୍ତ ସେମାନେ ଉପବାସ ରଖିଥାନ୍ତି । ଏଇ ଦିନ ପିଲାମାନେ ଦେବୀ ସରସ୍ଵତୀଙ୍କର ଆଶୀର୍ବାଦ ପ୍ରାପ୍ତି ନିମିତ୍ତ ସେମାନଙ୍କର ପାଠ୍ୟପୁସ୍ତକ ଓ କଲମ ଆଦିକୁ ମାତାଙ୍କ ପାଖରେ ସମର୍ପଣ କରିଥାନ୍ତି ।
ଓଡ଼ିଆ ଭାଗବତ ଜଗନ୍ନାଥ ଦାସଙ୍କ ରଚିତ ଓଡ଼ିଆ ଭାଷାର ଏକ ପୁରାତନ ସାହିତ୍ୟିକ ପୁରାଣ କୃତି । ଏହା ୧୪ଶ ଶତାବ୍ଦୀରେ ରଚିତ ।, ଭାଗବତ ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ଏହି ପୋଥିମାନଙ୍କୁ ଏକାଠି କରି ତାହାକୁ ଛପା ବହି ଆକାରରେ ପ୍ରକାଶ କରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଟୁଙ୍ଗି ଓ ଭାଗବତ ଗାଦି/ଭାଗବତ ଗୋସାଇଁ ଆଦି ସାମୁହିକ ଭାଗବତ ପାଠ ପାଇଁ ରହିଥିଲା । ଜଗନ୍ନାଥଙ୍କ ପାଖେ ମଧ୍ୟ ଭାଗବତ ପଢ଼ାଯାଏ । ଏହା ଆଗ କାଳରେ ଭାଗବତ ଟୁଙ୍ଗି ମାନଙ୍କରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ହେତୁ ଏହା ଓଡ଼ିଆ ଘର ମାନଙ୍କରେ ବୋଲାଯାଇଥାଏ । ଭାଗବତ ପ୍ରତି ଓଡ଼ିଆ ଘରେ ସନ୍ତାନ ଜନ୍ମ ହେବା ଏନ୍ତୁଡ଼ିଶାଳରେ, ମୁମୂର୍ଷର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ, ମହାମାରୀ, ହଇଜା ଓ ଗ୍ରାମର ଅନିଷ୍ଟ ଆଶଙ୍କା ଭୟରେ ଭାଗବତ ପାଠ କରାଯାଉଥିଲା ।
ତୁଳସୀ ଏକ ଗୁଳ୍ମ ଜାତୀୟ ଉଦ୍ଭିଦ। ଏହା ଭାରତରେ ସର୍ବତ୍ର ଦେଖିବାକୁ ମିଳେ । ଏହା ଭାରତୀୟ ଜନଜୀବନ ସହିତ ଅତି ପରିଚିତ । ଏହା ସାତ ପ୍ରକାରର ହୋଇଥିଲେ ବି ପତ୍ରର ରଙ୍ଗକୁ ନେଇ ଧଳା ଓ କଳା ଭେଦରେ ଦୁଇଟି ଜାତି ପ୍ରଧାନ ଅଟେ । ଶ୍ୱେତ ତୁଳସୀର ପତ୍ରଗୁଡ଼ିକ ହାଲୁକା ରଙ୍ଗର ଥାଏ ଏହାକୁ କେହି କେହି 'ଗୌରୀ ତୁଳସୀ' ମଧ୍ୟ କହିଥାନ୍ତି । କୃଷ୍ଣ ତୁଳସୀ ପତ୍ରଗୁଡ଼ିକ ଗାଢ଼ କଳା । ଏହା ବ୍ୟତୀତ ବଣ ତୁଳସୀ ନାମକ ଆଉ ଏକ ଜାତି ରହିଅଛି । ଏହାକୁ ହିନ୍ଦୀରେ 'କାଠେରକ୍' କୁହାଯାଏ । ଔଷଧୀୟ ବ୍ୟବହାର ପାଇଁ ତୁଳସୀ ମୁଖ୍ୟତଃ କାମରେ ଲାଗିଥାଏ ।
ଚିତାବାଘ (ଈଂରାଜୀରେ The Cheetah ଓ ଜୀବ ବିଜ୍ଞାନ ନାମ Acinonyx jubatus) ଏକ ବିଲେଇ ଜାତୀୟ ମାଂସଭୋଜୀ ଜୀବ । ବର୍ତ୍ତମାନ ସମୟରେ ଏହି ଜୀବ ମୁଖ୍ୟତଃ ପୂର୍ବ ଆଫ୍ରିକା, ଦକ୍ଷିଣ ଆଫ୍ରିକା ଓ ଇରାନର କେତେକ ସ୍ଥାନରେ ଦେଖାଯାଏ । ଏକିନୋନିକ୍ସ୍ ପ୍ରଜାତିର ଚିତାବାଘର ପ୍ରଥମ ବର୍ଣ୍ଣନା ୧୭୭୫ ମସିହାରେ ଜୋହାନ୍ ଡାନିଏଲ୍ ଭୋନ୍ ସ୍କ୍ରେବର୍ (Johann Christian Daniel von Schreber)ଙ୍କ ଲେଖାରେ ମିଳେ । ଚିତାବାଘର ଶରୀର ପତଳା, ମୁଣ୍ଡ ଛୋଟ, ଶରୀର ଚିତାଦାଗରେ ପୂର୍ଣ୍ଣ, ଗୋଡ଼ଗୁଡ଼ିକ ପତଳା ଓ ଲମ୍ଵା ଓ ଲାଞ୍ଜ ଲମ୍ଵା । ଏହାର ନାକ ଓ ଆଖି ମଝିରେ ଲୁହ ଗଡ଼ିଲା ପରି ଏକ କଳାଚିହ୍ନ ଥାଏ । ଶରୀର ଗଠନ ଦୃଷ୍ଟିରୁ ଚିତାବାଘ ପତଳା ଓ ହାଲୁକା ଯାହା ବିଲେଇ ପ୍ରଜାତିର ଅନ୍ୟ ଜୀବ ଯଥା ମହାବଳ ବାଘ, ସିଂହ, କଲରାପତରିଆ ବାଘ ଇତ୍ୟାଦିଙ୍କ ଶରୀର ଗଠନର ସମ୍ପୂର୍ଣ୍ଣ ବିପରୀତ । ବରଂ କୁଗାର୍ ପ୍ରଜାତିର ଜୀବଙ୍କ ସହ ଏହାର ଅଧିକ ସାମଞ୍ଜସ୍ୟ ରହିଛି । ଭୂମିରୁ ଚିତାବାଘର କାନ୍ଧର ଉଚ୍ଚତା ପ୍ରାୟ ୭୦-୯୦ ସେଣ୍ଟିମିଟର୍ ହୋଇଥିବା ବେଳେ ଏମାନଙ୍କ ଓଜନ ପ୍ରାୟ ୨୧-୭୨ କିଲୋଗ୍ରାମ୍ ମଧ୍ୟରେ ରହିଥାଏ । ଏମାନେ କଲରାପତରିଆ ବାଘଠାରୁ ସାମାନ୍ୟ ଉଚ୍ଚ ହୋଇଥିବା ବେଳେ ସିଂହମାନଙ୍କ ତୁଳନାରେ ଖୁବ୍ ଛୋଟ । ଏମାନଙ୍କ ହଳଦିଆ ବା ଧୁସରିଆ ରଙ୍ଗର ଚମଡ଼ା ପ୍ରାୟ ୨୦୦୦ ଚିତା ଚିତା ଦାଗରେ ସଜାଇ ହୋଇଥାଏ । ଚିତାବାଘ ମୁଖ୍ୟତଃ ଏକ ଦିବାଚର ପ୍ରାଣୀ ଓ ଏମାନେ ଦିନବେଳେ ଶିକାର କରନ୍ତି । ପ୍ରାପ୍ତବୟସ୍କ ଅଣ୍ଡିରା ଚିତାବାଘ ଶିକାର ପାଇଁ କ୍ଷେତ୍ର ନିୟନ୍ତ୍ରଣ କରନ୍ତି, କିନ୍ତୁ ଏମାନଙ୍କଠାରେ ସାମାଜିକ (ମିଳିମିଶି ଦଳରେ ରହିବା) ମନୋଭାବ ମଧ୍ୟ ଦେଖାଯାଇଥାଏ । କେତେକ ସମୟରେ ଚିତାବାଘ ଭାଈମାନଙ୍କ ଗୋଷ୍ଠୀ ମିଳିମିଶି ରହିବା ଓ ଶିକାର କରିବା ଦେଖାଯାଏ । ମାଈ ଚିତାବାଘମାନଙ୍କଠାରେ ଶିକାର କ୍ଷେତ୍ର ନିୟନ୍ତ୍ରଣ ପ୍ରବୃତ୍ତି ଦେଖାଯାଏ ନାହିଁ । ମାଈମାନେ ଏକାକୀ କିମ୍ଵା ନିଜ ପରିବାର ସହିତ ରୁହନ୍ତି । ଚିତାବାଘ ମାଂସଭୋଜୀ ପ୍ରାଣୀ ଓ ସାଧାରଣତଃ ଆଣ୍ଟିଲୋପ୍ ହରିଣ (କୁଟୁରା ଭଳି ଜୀବ) ବା ଥୋମସନ୍ ଗ୍ୟାଜେଲ୍ ହରିଣଙ୍କ ଶିକାର କରନ୍ତି । ଚିତାବାଘ ଶିକାରର ଅଜାଣତରେ ତାହାର ୧୦୦ରୁ ୩୦୦ ମିଟର୍ ଦୂରତା ପର୍ଯ୍ୟନ୍ତ ଛପି ଛପି ତା’ର ଅନୁସରଣ କରେ ଓ ତାହାପରେ ଶିକାରକୁ ଗୋଡ଼ାଇ ଧରିବାକୁ ଚେଷ୍ଟା କରେ । ଦୌଡ଼ୁଥିବା ଅବସ୍ଥାରେ ଶିକାରକୁ ପକାଇ ଦେଇ ଓ ତାହାର ଶ୍ଵାସରୁଦ୍ଧ କରି ହତ୍ୟା କରେ । ଚିତାବାଘର ଦ୍ରୁତ ବେଗର କାରଣ ହେଉଛି ତାହାର ଶରୀର ଗଠନ । ସ୍ଥଳଚର ପ୍ରାଣୀଙ୍କ ମଧ୍ୟରେ ଚିତାବାଘ ଦ୍ରୁତତମ । ଶିକାର କରୁଥିବା ଅବସ୍ଥାରେ ଚିତାବାଘର ହାରାହାରି ବେଗ ପ୍ରାୟ ୬୪ କି.ମି. ପ୍ରତି ଘଣ୍ଟା ହୋଇଥାଏ । ଶିକାରକୁ ଗୋଡ଼ାଇବା ବେଳେ ଚିତାବାଘ ଖୁବ୍ କମ୍ ସମୟପାଇଁ ପ୍ରାୟ ୧୧୨ କି.ମି.
ଓମ୍ (ॐ) କିମ୍ବା ଓଁକାରର ନାମନ୍ତର ପ୍ରଣବ ଅଟେ । ଏହା ଈଶ୍ୱରର ବାଚକ ଅଟେ । ଈଶ୍ୱରଙ୍କ ସହିତ ଓଁକାରର ବାଚ୍ୟ-ବାଚକ-ଭାବ ସମ୍ବନ୍ଧ ନିତ୍ୟ ଅଟେ, ସାଙ୍କେତିକ ନୁହେଁ । ସଙ୍କେତ ନିତ୍ୟ କିମ୍ବା ସ୍ୱାଭାବିକ ସମ୍ବନ୍ଧକୁ ପ୍ରକଟ କରିଥାଏ। ସୃଷ୍ଟିର ଆଦିରେ ସର୍ବପ୍ରଥମ ଓଁକାର ରୂପୀ ପ୍ରାଣବର ହିଁ ସ୍ଫୁରଣ ହୋଇଥାଏ । ତଦାନନ୍ତର ସାତ କୋଟି ମନ୍ତ୍ରର ଆବିର୍ଭାବ ହୋଇଥାଏ । ଏହି ମନ୍ତ୍ରର ବାଚ୍ୟ ଆତ୍ମାର ଦେବତା ରୂପେ ପ୍ରସିଦ୍ଧ ହୋଇଥାଏ । ଏହି ଦେବତା ମାୟା ଉପରେ ବିଦ୍ୟମାନ ମାୟା ସୃଷ୍ଟିର ନିୟନ୍ତ୍ରଣ କରିଥାଏ । ଏଥିରୁ ଅଧା ଶୁଦ୍ଧ ମାୟାଜଗତରେ କାର୍ଯ୍ୟ କରିଥାଏ ଏବଂ ଶେଷ ଅଧା ଅଶୁଦ୍ଧ କିମ୍ବା ମଳିନ ମାୟା ଜଗତରେ । ଏହି ଏକ ଶବ୍ଦକୁ ବ୍ରହ୍ମାଣ୍ଡର ଭୌତିକ ବଚନ ମାନନ୍ତି, 16 ଶ୍ଳୋକରେ ଏହାର ମହିମା ବର୍ଣ୍ଣିତ ହୋଇଥାଏ ।
ବଲାଙ୍ଗୀର ଜିଲ୍ଲାର ପାଟଣାଗଡ ଉପଖଣ୍ଡ ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ପର୍ବତର ପାଦଦେଶରେ ଥିବା ହରିଶଙ୍କର ଉଭୟ ଶୈବପୀଠ ଓ ପ୍ରାକୃତିକ ସୌନ୍ଦର୍ଯ୍ୟ ପାଇଁ ପ୍ରସିଦ୍ଧ । ଏହାର ଦୂରତା ସଦର ମହକୁମାରୁ ପ୍ରାୟ ୮୦ କି.ମି ହେବ । ଗନ୍ଧମାର୍ଦ୍ଦନ ପର୍ବତର ଉତ୍ତରାଞ୍ଚଳରେ ବରଗଡ଼ ଜିଲ୍ଲାର ପ୍ରସିଦ୍ଧ ନୃସିଂହନାଥ ମନ୍ଦିର ଥିବାବେଳେ ଦକ୍ଷିଣରେ ରହିଛି ହରିଶଙ୍କର । ଏହି ପୀଠରେ ହରି ଓ ଶଙ୍କର ଏକାଠି ପୂଜା ପାଉଥିବାରୁ ଏହି ପୀଠର ସ୍ଵତନ୍ତ୍ରତା ରହିଛି । ହରିଶଙ୍କର ମନ୍ଦିର ଏବଂ ନୃସିଂହନାଥ ମନ୍ଦିର ମଧ୍ୟରେ ଅବସ୍ଥିତ ମାଳଭୂମିରେ ବୌଦ୍ଧ ଧର୍ମାଲମ୍ବୀଙ୍କଦ୍ୱାରା ନିର୍ମାଣ କରାଯାଇଥିବା ଧ୍ୱସ୍ତବିଧ୍ୱସ୍ତ ଏକ ପ୍ରାଚୀନ ପରିମଳଗିରି ବିଶ୍ୱବିଦ୍ୟାଳୟ ରହିଛି ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖା ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣା, ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ଦର୍ଶନରେ ଭରା ।
ବୁଧେଇ ଓଷା ଓଡ଼ିଶାରେ ପାଳିତ ଏକ ଓଷା । ଏହା ଭାଦ୍ରବ ମାସର ୪ଟି କିମ୍ବା ପାଞ୍ଚଟି ବୁଧବାରରେ ପାଳିତ ହୁଏ । କେତେକ ସ୍ଥାନରେ ୫ଟି ବୁଧବାରରେ ପାଳିତ ହୁଏ । ଅନେକ ଗହ୍ମାପୂର୍ଣ୍ଣିମାଠାରୁ ଇନ୍ଦୁପୂର୍ଣ୍ଣିମା ଆଉ କେତେକ ସଂକ୍ରାନ୍ତି ଅନୁଯାୟୀ ଭାଦ୍ର ସଂକ୍ରାନ୍ତିରୁ ଆଶ୍ଵିନ ସଂକ୍ରାନ୍ତିକୁ ହିସାବକୁ ନେଇଥାନ୍ତି । ସାଧାରଣତଃ ସଧବା ନାରୀମାନେସନ୍ତାନ କାମନା କରିବା ଓ ତାର ଶୁଭ ମନାସିବା ଉଦ୍ଦେଶ୍ୟ ନେଇ ଏହି ଓଷା କରିଥାନ୍ତି । ଏହି ଓଷାଟି ନିର୍ଜଳ ଭାବେ ନିଷ୍ଠାର ସହ ପାଳନ କରାଯାଏ । ଏହି ଓଷାରେ ବୁଦ୍ଧିବାମନଙ୍କୁ ପୂଜା କରାଯାଏ । ଏଠାରେ ବୁଦ୍ଧ ବା ବୁଧେଇ ହେଉଛନ୍ତି ଭୈରବୀ ବା ବିମଳା । ବାମନ କହିଲେ ଭୈରବ, ଯିଏ ସ୍ଵୟଂ ଜଗନ୍ନାଥ । ଅତଏବ ଏହି ଓଷାରେ ଆରାଧ୍ୟ ଦେବଦେବୀ ହେଲେ ଶ୍ରୀଜଗନ୍ନାଥ ଓ ବିମଳା; କିନ୍ତୁ ଜ୍ୟୋତିଷଶାସ୍ତ୍ର ଅନୁସାରେ ଏହି ଓଷାରେ ନାରୀରୂପୀ ବୁଧ ଓ ମଙ୍ଗଳାଙ୍କୁ ପୂଜା କରାଯାଏ । କାରଣ ଏମାନେ ସୃଷ୍ଟିକର୍ତ୍ତା । ବୁଦ୍ଧିବାମନ ଓଷାର ପରମ୍ପରା ମତେ ପୂଜାସ୍ଥଳୀଟିକୁ ଗୋଗରଲିପି ସୂଚି କରାଯାଏ । ଏହି ପୂଜା ନିମନ୍ତେ ପାଞ୍ଚଟି ରଙ୍ଗର ଫୁଲ, ପାଞ୍ଚପ୍ରକାର ଫୁଲ, ପାଞ୍ଚପ୍ରକାର ଫଳ, ପାଞ୍ଚଟି ଧୂପ, ପାଞ୍ଚଟି ଦୁବ ଓ ପାଞ୍ଚଟି ଅକ୍ଷତ ଦରକାର ହୁଏ । ଏଥିରେ ବେଲପତ୍ର, ଫୁଲମାଳ ଏବଂ ଖଇମାଳରେ ଠାକୁରଙ୍କୁ ଲାଗି କରାଯାଏ । ପ୍ରଥମ ପାଳିରୁ ଏଥିରେ ଗୋଟିଏ ନଡ଼ିଆ ବସାଯାଇ, ଶେଷ ପାଳିଦିନ ଏହାକୁ ଭାଙ୍ଗି ଠାକୁରଙ୍କୁ ସମର୍ପଣ କରାଯାଏ । ମଝିପାଳି ଗୁଡ଼ିକରେ ପିଠାପଣା ଭୋଗରାଗ ହୁଏ । ତେବେ ଶେଷ ପାଳି ଦିନ ଅନ୍ତତଃ ପାଞ୍ଚପ୍ରକାର ପିଠାପଣା କରାଯାଏ । ପ୍ରତ୍ୟେକ ବୁଧବାର ଦିନଯାକ ଉପବାସ କରି ରାତିରେ ପୂଜାପରେ ଭୋଗ ଖିଆଯାଏ । ଶିଳ ଏବଂ ଶିଳପୁଆ ଏହାର ଦେବଦେବୀ ଅଟନ୍ତି । ପ୍ରଥମେ ଏହି ଶିଳ ଏବଂ ଶିଳପୁଆକୁ ବଟା ଅଁଳା ପାଣି ସହ ଗଙ୍ଗାଜଳରେ ସ୍ନାନ କରାଯାଇ, ହଳଦୀକନା ଓ ସୂତା ଗୁଡ଼ାଇ ନାରୀବେଶ କରାଯାଏ । ମଥାରେ ସିନ୍ଦୂର ଓ ଆଖିରେ କଜ୍ଵଳ ଦିଆଯାଏ । ବୁଦ୍ଧିବାମନଙ୍କ ଓଷା ପାଇଁ ସ୍ଵତନ୍ତ୍ର ବହି ଅଛି । ଏହା ପାଞ୍ଚଟି କାହାଣୀକୁ ନେଇ ରଚିତ, କାହାଣିଗୁଡ଼ିକ ହେଲା: ମଗଧର ସାଧବ ସାଧବାଣୀ, ଯଯାତିନଗରର ଶୁଣ୍ଢି-ଶୁଣ୍ଢିଆଣୀ, ଯାଜପୁରର ବନ୍ଧୁ ମହାନ୍ତି, ଗର୍ଭଶୂନ୍ୟା ବ୍ରାହ୍ମଣୀ ଓ ହରିପୁରର ଜଣେ ସାଧାରଣ ନାରୀ । ବିଶ୍ଵାସ କରାଯାଏ ନିଃସନ୍ତାନ ମହିଳା ପ୍ରଥମ ପାଳିରୁ ଗୋଟେ ଶାଢି, ପୂଜାଘର ଦୁଆର ମୁହଁରେ ପକାଇଲେ, ସମସ୍ତଙ୍କ ପବିତ୍ର ପଦସ୍ପର୍ଶ ଯୋଗୁଁ ସେ କୃତାର୍ଥ ହୁଏ ଏବଂ ସନ୍ତାନ ପ୍ରସବା ହୁଏ । ଏହି ଲୁଗାକୁ ପାହାଡା କୁହାଯାଏ ।
କଳ୍ପନା ଚାୱଲା (ମାର୍ଚ୍ଚ ୧୭, ୧୯୬୨ – ଫେବୃଆରୀ ୧, ୨୦୦୩) ହେଉଛନ୍ତି ଭାରତରେ ଜନ୍ମିତ ପ୍ରଥମ ମହିଳା ମହାକାଶଚାରୀ । ସେ ୧୯୯୭ ମସିହାରେ ପ୍ରଥମ ଥର ପାଇଁ କଲମ୍ବିଆ ମହାକାଶଯାନରେ ମହାକାଶକୁ ଯାତ୍ରା କରିଥିଲେ। ଏହି ମହାକାଶ ଯାନରେ ସେ mission specialist ଏବଂ primary robotic arm operator ଭାବେ ଯାଇଥିଲେ। ୨୦୦୩ ମସିହାରେ କଲମ୍ବିଆ ମହାକାଶଯାନ ଦୁର୍ଘଟଣା (Space Shuttle Columbia disaster)ରେ ପ୍ରାଣ ହରାଇ ଥିବା ସାତ ଜଣ ମହାକାଶଚାରୀଙ୍କ ମଧ୍ୟରେ କଳ୍ପନା ଅନ୍ୟତମ। ସେ ପଞ୍ଜାବ ଇଞ୍ଜିନିୟରିଂ କଲେଜ୍ରୁ ଏରୋନଟିକାଲ୍ ଇଞ୍ଜିନିୟରିଂରେ ସ୍ନାତକ ଡିଗ୍ରୀ ଏବଂ ଆମେରିକାର ଟେକ୍ସାଜ୍ ୟୁନିଭର୍ସିଟିରୁ ଏରୋସ୍ପେଶ୍ ଇଞ୍ଜିନିୟରିଂରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିଥିଲେ। ୧୯୮୮ରେ ସେ ଆମେରିକାର କଲରାଡୋ ୟୁନିଭର୍ସିଟିରୁ ପି.ଏଚ୍.ଡି.
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ରାଉରକେଲା pronunciation ଭାରତର ଓଡ଼ିଶା ରାଜ୍ୟର ଉତ୍ତର-ପୁର୍ବରେ ଅବସ୍ଥିତ ଏକ ପ୍ରମୁଖ ନଗର । ଏହା ନାନାଦି ଖଣିଜ ସମ୍ପଦରେ ଭରପୁର ଓ ମୁଖ୍ୟତଃ ଏକ ଶିଳ୍ପ ପ୍ରଧାନ ନଗରୀ । ଏହା ଓଡ଼ିଶାର ରାଜଧାନୀ ଠାରୁ ୩୪୦ କିଲୋମିଟର (୨୧୧ mi) ଦୂରରେ ଅବସ୍ଥିତ । ଚଣ୍ଡୀଗଡ଼ ପରେ ଏହା ଭାରତର ଦ୍ଵିତୀୟ ସୁବ୍ୟବସ୍ଥିତ ନଗର । ଏହା ଅନେକ ପାହାଡ଼ ଓ ନଦୀଦ୍ଵାରା ବେଢା । ଏଠାରେ ଷ୍ଟିଲ ଅଥରିଟି ଅଫ ଇଣ୍ଡିଆ ଲିମିଟେଡ଼ର ଏକ ବୃହତ୍ତମ କାରଖାନା ଏଠାରେ ରହିଅଛି । ଏଠାରେ ଜାତୀୟ ଶିକ୍ଷାନୁଷ୍ଠାନ ଓ ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ଵବିଦ୍ୟାଳୟ ମଧ୍ୟ ଅବସ୍ଥିତ ।
ଉଇକିଡାଟା ସମ୍ମିଳିତ ଭାବେ ପ୍ରସ୍ତୁତ ବଦଳଯୋଗ୍ୟ ଏକ ଜ୍ଞାନ ଭଣ୍ଡାର ଯାହା ଉଇକିମିଡ଼ିଆ ସଂସ୍ଥାଦ୍ଵାରା ପରିଚାଳିତ ହେଉଅଛି । ଏହାର ଲକ୍ଷ୍ୟ ହେଉଛି କେତେକ ତଥ୍ୟ ନେଇ ଗୋଟିଏ ସାଧାରଣ ସ୍ରୋତ ତିଆରି କରିବା ଯାହା ଉଇକିମିଡ଼ିଆର ପରିକଳ୍ପନା ଯେପରି ଉଇକିପିଡ଼ିଆରେ ବ୍ୟବହୃଉତ ହେଇପାରିବ । ଉଇକିଡାଟା ଉଇକିକମନ୍ସ ଭଳି ଏକ ଉଇକିମିଡ଼ିଆ ପ୍ରକଳ୍ପ । ଉଇକିକମନ୍ସ୍ ଯେପରି ଛବି, ଭିଡିଓ, ଓ ଅନ୍ୟାନ୍ୟ ମିଡ଼ିଆ ଫାଇଲ୍ ପାଇଁ ଷ୍ଟୋରେଜ ପ୍ରଦାନ କରେ ସେହିପରି ଉଇକିଡାଟା କେତେକ ତଥ୍ୟ ପାଇଁ ଷ୍ଟୋରେଜ୍ ପ୍ରଦାନ କରେ । ଉଇକିଡାଟା ଉଇକିବେସ୍ଦ୍ଵାରା ତାର ସାମର୍ଥ୍ୟ ପାଇଛି ।
ଉଦୟଗିରି ଓ ଖଣ୍ଡଗିରି ଗୁମ୍ଫା ଅଧା ପ୍ରକୃତିକ ଓ ଅଧା ମଣିଷଦ୍ୱାରା ତିଆରି ଯାହାର ଐତିହାସିକ, ପୁରାତନ ତତ୍ତ୍ଵ ଓ ଧାର୍ମିକ ଗୁରୁତ୍ତ୍ଵ ରହିଛି । ଏହା ଓଡ଼ିଶାର ଭୁବନେଶ୍ଵରଠାରେ ଅବସ୍ଥିତ । ଗୁମ୍ଫାଗୁଡିକ ଦୁଇଟି ପାହାଡ଼ ଉଦୟଗିରି ଓ ଖଣ୍ଡଗିରିରେ ରହିଛି ଯାହା ହାତୀଗୁମ୍ଫାର ଶିଳାଲେଖରେ କୁମାରୀ ପର୍ବତ ନାମରେ ମଧ୍ୟ ଜଣା ଓ ଏହି ଦୁଇ ପାହାଡ଼ ଉଭୟଙ୍କ ଆଡକୁ ମୁଁହାଇ ରାସ୍ତାର ଦୁଇ ପାଖରେ ଅଛନ୍ତି ।ଖଣ୍ଡଗିରିରେ ୧୫ଟି ଗୁମ୍ଫା ଥିବାବେଳେ ଉଦୟଗିରିରେ ୧୮ଟି ଗୁମ୍ଫା ରହିଛି । ହାତୀ ଗୁମ୍ଫା ନିକଟରେ ବାରଭୁଜା ଦେବୀଙ୍କର ଏକ ମନ୍ଦିର ଅଛି।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ଵାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ଭରତନାଟ୍ୟମ ଅନ୍ୟନାମ ସାଦିର, ତାମିଲନାଡୁରେ ଉତ୍ପନ୍ନ ଭାରତୀୟ ଶାସ୍ତ୍ରୀୟ ନୃତ୍ୟର ଏକ ପ୍ରମୁଖ ଶୈଳୀ ଅଟେ । ପରମ୍ପରାଗତ ରୂପେ ଭରତନାଟ୍ୟମ ନୃତ୍ୟ ବିଶେଷତଃ ମହିଳା ମାନଙ୍କଦ୍ୱାରା କରାଯାଇଥାଏ । ଏବଂ ହିନ୍ଦୁ ଧର୍ମକୁ ଧାର୍ମିକ ବିଷୟ ଏବଂ ଆଧ୍ୟାତ୍ମିକ ବିଚାରକୁ ବିଶେଷ ରୂପେ ଶୈବ ବାଦ, ବୈଷ୍ଣବ ବାଦ ଏବଂ ଶକ୍ତି ବାଦରେ ବ୍ୟକ୍ତ କରାଯାଇଥିଲାଭରତନାଟ୍ୟମର ସିଦ୍ଧାନ୍ତର ମୂଳ ପ୍ରାଚୀନ ସଂସ୍କୃତ ପାଠକ "ଭରତ ମୁନୀ", "ନାଟ୍ୟଶାସ୍ତ୍ର"ର ଅନୁସନ୍ଧାନ କରିଥାଏ ଦ୍ଵିତୀୟ ଶତାବ୍ଦୀ ସୀଈଦ୍ୱାରା ଏହାର ଅସ୍ତିତ୍ବ ପ୍ରାଚୀନ ତାମିଲ ମହାକାବ୍ୟ "ସିଲପ୍ପଟିକାରମ"ରେ ବର୍ଣ୍ଣିତ ହୋଇଛି, ଏମିତି କି 6 ବିଂରୁ 9 ବିଂ ଶତାବ୍ଦୀର ମନ୍ଦିର ମୂର୍ତ୍ତି ଗୁଡିକ ଏହା ସୂଚିତ କରାଏ କି, ଏହା ମଧ୍ୟ ଏକ ସହସ୍ତ୍ରାବ୍ଦୀ ସୀଈଦ୍ୱାରା ଭଲରୂପେ ପରିସ୍କୃତ ପ୍ରଦର୍ଶନ କଳା ଥିଲା । ଭରତନାଟ୍ୟମ ଭାରତର ସବୁଠାରୁ ପୁରୁଣା ଶାସ୍ତ୍ରୀୟ ନୃତ୍ୟ ପରମ୍ପରା ଅଟେ ।
ପାଇରିମେଥାମିନ (ଇଂରାଜୀରେ Pyrimethamine), ଏକ ବିକ୍ରୟ ନାମ ଡାରାପ୍ରିମ (Daraprim), ଏକ ଔଷଧ ଯାହା ଟକ୍ସୋପ୍ଲାଜମୋସିସ (toxoplasmosis) ଓ ସିସ୍ଟୋଆଇସୋସ୍ପୋରିଆସିସ (cystoisosporiasis) ରୋଗମାନଙ୍କରେ ଲିଉକୋଭୋରିନ (leucovorin) ସହ ଦିଆଯାଏ । ଦ୍ୱତୀୟ ଧାଡ଼ିର ପ୍ରତିଷେଧ ରୂପେ ନିମୋସିସ୍ଟାଇଟିସ ଜିରୋଭେସି ନିମୋନିଆ (Pneumocystis jiroveci pneumonia ବା PCP) ରୋଗ ଭୋଗୁଥିବା ଏଚଆଇଭି/ଏଡସ ରୋଗଗ୍ରସ୍ତ ଲୋକଙ୍କୁ ଡାପସୋନ (dapsone) ଔଷଧ ସହିତ ଏହା ଦିଆଯାଏ । ଅତୀତରେ ଏହା ମ୍ୟାଲେରିଆ ରୋଗୀଙ୍କୁ ଦିଆଯାଉଥିଲା, କିନ୍ତୁ ଏହାର ପ୍ରତିରୋଧ ଯୋଗୁ ଅଧୁନା ଏହା ଦିଆଯାଉନାହିଁ । ପାଇରିମେଥାମିନ ପାଟିରେ ଦିଆଯାଏ ।