ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ମହାତ୍ମା ଗାନ୍ଧୀଙ୍କୁ ୧୯୪୮ ମସିହା ଜାନୁଆରୀ ୩୦ ତାରିଖରେ ବିରଳା ଭବନଠାରେ (ବର୍ତ୍ତମାନର ନୂଆଦିଲ୍ଲୀର ଗାନ୍ଧୀ ସ୍ମୃତି) ଗୁପ୍ତ ଭାବରେ ହତ୍ୟା କରାଯାଇଥିଲା । ସେଠାରେ ଗାନ୍ଧୀ ତାଙ୍କ ପରିବାର ଓ ଅନୁଗାମୀ ମାନଙ୍କ ସହ ପ୍ରାର୍ଥନା ସଭାରେ ଥିବାବେଳେ ହିନ୍ଦୁ ମହାସଭାର ରାଷ୍ଟ୍ରବାଦୀ ନାଥୁରାମ ବିନାୟକ ଗଡସେ ତାଙ୍କ ଛାତିକୁ ଅତି ନିକଟରୁ ୩ଥର ଗୁଳି ଚଳାଇଥିଲେ । ପରେ ତାଙ୍କୁ ସଙ୍ଗେ ସଙ୍ଗେ ରକ୍ତ ଜୁଡୁବୁଡ଼ୁ ଅବସ୍ଥାରେ ରହଣିସ୍ଥଳ ବିରଳା ଭବନକୁ ନିଆଯାଇଥିଲା ।
ଭାରତର ସ୍ଵାଧୀନତା ସଂଗ୍ରାମ ଅନ୍ୟତମ ପ୍ରମୁଖ ଘଟଣା "ଲବଣ ସତ୍ୟାଗ୍ରହ " ୧୯୩୦ ମସିହା ମାର୍ଚ୍ଚ ୧୨ ତାରିଖରେ ଗୁଜରାଟ ରାଜ୍ୟର ସମୁଦ୍ର ତଟବର୍ତ୍ତୀ ଗ୍ରାମ ଦାଣ୍ଡୀକୁ ପଦଯାତ୍ରା ସହ ଆରମ୍ଭ ହେଇଥିଲା | ଏହା ପରାଧୀନ ଭାରତରେ ବ୍ରିଟିଶ୍ ସରକାରଙ୍କ ଲବଣ ବ୍ୟବସାୟରେ ଏକଚାଟିଆ ଆଧିପତ୍ୟ ଓ ଲବଣ ଉପରେ ଅତ୍ୟଧିକ ଟିକସ ବିପକ୍ଷରେ ଏକ ଶକ୍ତିଶାଳୀ ଅହିଂସାପୂର୍ଣ ଆନ୍ଦୋଳନ ଥିଲା |ମୋହନଦାସ କରମଚାନ୍ଦ ଗାନ୍ଧୀ (ମହାତ୍ମା ଗାନ୍ଧୀ) ଏହି ଆନ୍ଦୋଳନର ଆରମ୍ଭ କରି ମାର୍ଚ୍ଚ୧୨ ତାରିଖ ସକାଳ ୬:୩୦ରେ ୭୮ ଜଣ ଅନୁଗାମୀଙ୍କ ସହ ପ୍ରାୟ ୨୪୧ ମାଇଲ୍ (୩୯୦ କି.ମି.) ଦୂରରେ ଅବସ୍ଥିତ ଦାଣ୍ଡୀକୁ ଯାତ୍ରା ଆରମ୍ଭ କରିଥିଲେ | ୨୪ ଦିନ ଧରି ଚାଲିଥିବା ଏହି ପଦଯାତ୍ରାରେ କ୍ରମେ ସହସ୍ରାଧିକ ଦେଶବାସୀ ଗାନ୍ଧିଜୀଙ୍କ ସହ ଯୋଗ ଦେଇଥିଲେ |
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ମାଳତୀ ଚୌଧୁରୀ ୨୬ ଜୁଲାଇ ୧୯୦୪ରେ ଏକ ବ୍ରାହ୍ମ ପରିବାରରେ ବାପା ବାରିଷ୍ଟର କୁମୁଦ ନାଥ ସେନ ଓ ମାଆ ସ୍ନେହଲତା ସେନଙ୍କ ଠାରୁ ଜନ୍ମ ନେଇଥିଲେ । ୨.୫ ବର୍ଷ ବୟସରେ ବାପାଙ୍କୁ ହରାଇ ସେ ମାଆଙ୍କ ଦେଇ ପରିପାଳିତ ହୋଇଥିଲେ । ବିଶ୍ଵକବି ରବିନ୍ଦ୍ରନାଥ ତାଙ୍କୁ ସ୍ନେହରେ ମିନୁ ଓ ଗାନ୍ଧୀଜୀ ତାଙ୍କୁ ତୁଫାନୀ ନାମରେ ଡାକୁଥିଲା ବେଳେ ସେ ଓଡ଼ିଶାବାସୀଙ୍କ ଆଦରଣୀୟ ନୂମା (ନୂଆ ମା) ଭାବେ ପରିଚିତ ଥିଲେ ।
ଅନ୍ନପୂର୍ଣ୍ଣା ମହାରଣା (୧୯୧୭-୨୦୧୨) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ ଥିଲେ । ସେ ୧୯୧୭ ମସିହା ନଭେମ୍ବର ୩ ତାରିଖରେ କଟକର ବାଖରାବାଦଠାରେ ଜନ୍ମଗ୍ରହଣ କରିଥିଲେ । ସ୍ଵାଧୀନତା ସଂଗ୍ରାମୀ ବାପା ଗୋପବନ୍ଧୁ ଚୌଧୁରୀ ଓ ମା' ରମାଦେବୀ ଚୌଧୁରୀଙ୍କ ସଂଗ୍ରାମମୟ ଜୀବନର ଛିଟାପଡିଥିଲା ତାଙ୍କ ଉପରେ । ତାଙ୍କର ଶ୍ରଦ୍ଧାନାମ ଥିଲା "ଚୁନୁ" । ତେଣୁ ପରବର୍ତ୍ତୀ ସମୟରେ ସେ "ଚୁନୁଅପା" ନାମରେ ବେଶୀ ପରିଚିତ ହେଲେ । ଗୋପବନ୍ଧୁଙ୍କ ସପରିବାର ଗାନ୍ଧୀ-ନୀତି ଗ୍ରହଣ କରିଥିବାରୁ, ଅନ୍ନପୂର୍ଣ୍ଣାଙ୍କ ଉପରେ ପିଲାଦିନରୁ ଏହାର ପ୍ରଭାବ ପଡ଼ିଥିଲା ଓ ଏହି ଆଦର୍ଶରେ ସେ ଆଜୀବନ ବଞ୍ଚିଥିଲେ । ଗୋପବନ୍ଧୁ ନିଜର ସନ୍ତାନଙ୍କୁ ସରକାରୀ ସ୍କୁଲରେ ପଢାଇବାକୁ ଇଚ୍ଛୁକ ନଥିବାରୁ, ଅନ୍ନପୂର୍ଣ୍ଣାଙ୍କ ଶିକ୍ଷା ଘର ମଧ୍ୟରେ ହୋଇଥିଲା ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ପଶ୍ଚିମ ଓଡ଼ିଶା ( ଇଂରାଜୀ : Western Odisha ) ଓଡ଼ିଶାର କଳାହାଣ୍ଡି ଜିଲ୍ଲାରୁ ଆରମ୍ଭ କରି ସୁନ୍ଦରଗଡ଼ ଜିଲ୍ଲା ପର୍ଯ୍ୟନ୍ତ ପରିବ୍ୟାପ୍ତ ଭୂଖଣ୍ଡକୁ ପଶ୍ଚିମ ଓଡ଼ିଶା କୁହା ଯାଏ । ଏହି ଅଞ୍ଚଳ ଭିତରେ ସମ୍ବଲପୁର ଜିଲ୍ଲା, ବଲାଙ୍ଗୀର , ବରଗଡ଼, ଦେବଗଡ଼ , ଝାରସୁଗୁଡା , କଳାହାଣ୍ଡି , ବୌଦ, ସୁନ୍ଦରଗଡ଼ ନୂଆପଡ଼ା ,ସୁବର୍ଣ୍ଣପୁର ଜିଲ୍ଲା ( ସୋନପୁର) ଜିଲ୍ଲା ସମୂହ ସହ ଅନୁଗୁଳ ଜିଲ୍ଲାର ଆଠମଲ୍ଲିକ ସବ ଡିଭିଜନ ଅନ୍ତର୍ଭୁକ୍ତ । ଏହାକୁ କୋଶଳ ଅଞ୍ଚଳ ବୋଲି କହାଯାଏ । ପଞ୍ଚମ ଶତାବ୍ଦୀ ପୂର୍ବରୁ ଏହି ଅଞ୍ଚଳ ଦକ୍ଷିଣ କୋଶଳ ନାମରେ ପରିଚିତ ଥିଲା ଏବଂ ଏହା ଏକ ବିଶାଳ ଭୌଗୋଳିକ ଅଞ୍ଚଳ ଥିଲା । ଏହା କୃଷିପ୍ରଧାନ ଅଞ୍ଚଳ ଭାବରେ ଏକ ସାଂସ୍କୃତିକ ସମନ୍ନ୍ୟୟ ପୂର୍ଣ ଅଞ୍ଚଳ ଥିଲା । ଏବେ କଳାହାଣ୍ଡି , କୋରାପୁଟ ଓ ବଲାଙ୍ଗିର ମରୁଡ଼ି ପ୍ରବଣ ଜିଲ୍ଲା ଭାବେ KBK ନାମରେ ଚିହ୍ନିତ ହେଇ ଅନେକ ବର୍ଷ ହେଲା କେନ୍ଦ୍ର ତଥା ରାଜ୍ୟ ସରକାରଙ୍କଦ୍ଵାରା ସ୍ଵତନ୍ତ୍ର ସାହାଯ୍ୟ ପ୍ରାପ୍ତ ହେଇଥିଲେ ମଧ୍ୟ ଖୁବ ଦରିଦ୍ର ଓ ଅନା ଟନ ଭିତରେ ଏହାର ଅଧିକାଂଶ ଅଧିବାସୀ ରହିଛନ୍ତି । ପୁଣି ପୁରା ପଶ୍ଚିମ ଓଡ଼ିଶାର ବିକାଶ ପାଇଁ ରାଜ୍ୟ ସରକାର ସ୍ଵତନ୍ତ୍ର 'ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ' ( WODC ) ଗଠନ କରିଛନ୍ତି ।
ବସନ୍ତ (ଇଂରାଜୀ ଭାଷାରେ Smallpox) ଏକ ସଂକ୍ରମକ ରୋଗ (infectious disease) ଏକ ଭୁତାଣୁର ଦୁଇ ପ୍ରକାର ଭାରିଆଣ୍ଟ ଭାରିଓଲା ମେଜର ଓ ଭାରିଓଲା ମାଇନର (Variola major and Variola minor) ଯୋଗୁ ସଂଘଟିତ ହୁଏ । ବସନ୍ତ ରୋଗ ଏକ ନିର୍ମୁଳିତ ସଂକ୍ରାମକ ରୋଗ (Eradicated) ଓ ଏହାର ଶେଷ ରୋଗୀ ୧୯୭୭ରେ ଚିହ୍ନଟ ହୋଇଥିଲା ଯାହାକୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (World Health Organization) ସନ ୧୯୮୦ରେ ଏହି ସାର୍ଟିଫିକେଟ ଦେଇଥିଲେ । ପିଲାମାନେ ସଂକ୍ରମିତ ହେବା ପରେ ମୃତ୍ୟୁ ସଙ୍କଟ ପ୍ରାୟ ୩୦% ରହୁଥିଲା । ବଞ୍ଚିଯାଉଥିବା ରୋଗୀର ଚର୍ମରେ କ୍ଷତଦାଗ ରହିଯାଉଥିଲା ଓ ଅନ୍ଧ (blind) ହେବା ସମ୍ଭାବନା ରହୁଥିଲା ।ବସନ୍ତର ପ୍ରାଥମିକ ଲକ୍ଷଣ ଜ୍ୱର ଓ ବାନ୍ତିରୁ ଆରମ୍ଭ ହୁଏ । ଏହା ପରେ ପାଟି ଘାଆ (sores) ଓ ଚର୍ମ ରାସ (skin rash) ଦେଖାଯାଏ । କିଛି ଦିନ ମଧ୍ୟରେ ରାସ ପରିବର୍ତ୍ତିତ ହୋଇ ଫୋଟକାରେ (bumps) ପରିଣତ ହୁଏ ଯାହାର ମଝିରେ ଗୋଟିଏ କ୍ଷୁଦ୍ର ଗାତ ଥାଏ । ଏହା ପରେ ଘାଆ ଶୁଖିବାକୁ ଆରମ୍ଭ କରି ସ୍କାବ (scabbed) ମାଡ଼ିଯାଏ ଓ ପରେ ଏହା ବାହାରି ଯାଇ ଚମରେ ସ୍କାର (scars) ରହିଯାଏ । ଏହି ରୋଗ ମାନବରୁ ମାନବକୁ ବା ସଂକ୍ରମିତ ପଦାର୍ଥ ସଂସ୍ପର୍ଶ ହେଲେ ବ୍ୟାପିଯାଏ । ବସନ୍ତ ଟିକା (smallpox vaccine) ସାହାଯ୍ୟରେ ଏହା ପ୍ରତିଷେଧ କରାଯାଏ । ରୋଗ ଥରେ ଆରମ୍ଭ ହୋଇଗଲେ କେତେକ ଭୁତାଣୁ ବିରୋଧୀ ଔଷଧ (antiviral medication) ସାହାଯ୍ୟ କରିପାରେ ।ଏହି ରୋଗ କେବେ ଆରମ୍ଭ ହେଲା, ସେ ବିଷୟ ଅନ୍ଧକାରରେ ଅଛି । ପ୍ରଥମ ତଥ୍ୟ ଖ୍ରୀ:ପୂ: ୩ୟ ଶତାବ୍ଦୀରେ ମିଶରୀୟ ମମିଙ୍କ (Egyptian mummies) ଦେହରେ ଥିବା ଦେଖାଯାଇଛି । ଏହା ପୂର୍ବରୁ ମଡ଼କ ଆକାରରେ ଆବିର୍ଭାବ ହେଉଥିଲା । ଅଷ୍ଟାଦଶ ଶତାବ୍ଦୀରେ ୟୁରୋପରେ ଏହି ରୋଗରେ ପ୍ରାୟ ଚାରି ଲକ୍ଷ ଲୋଗ ପ୍ରାଣତ୍ୟାଗ କରିଥିଲା ଓ ତାଙ୍କ ମଧ୍ୟରୁ ଏକ ତୃତୀୟାଂଶ ଲୋକ ଅନ୍ଧ ହୋଇଯାଇଥିଲେ । ଏହି ମୃତକମାନଙ୍କ ମଧ୍ୟରେ ଅତି କମ୍ରେ ୫ ଜଣ ସମ୍ରାଟ (monarch) ଥିଲେ । ବିଂଶ ଶତାବ୍ଦୀରେ ପ୍ରାୟ ୩୦୦-୫୦୦ ବ୍ୟକ୍ତି ମରିଥିଲେ । ସନ ୧୯୬୭ରେ ପ୍ରାୟ ୧୫ ନିୟୁତ ଲୋକ ଆକ୍ରାନ୍ତ ହୋଇଥିଲେ । ସନ ୧୭୯୮ରେ ଏଡୱାର୍ଡ଼ ଜେନର (Edward Jenner) ପ୍ରଥମେ ବସନ୍ତ ଟିକା (vaccination) ଆବିଷ୍କାର କରିଥିଲେ । ସନ ୧୯୬୭ରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (World Health Organization) ବସନ୍ତ ରୋଗକୁ ସନିର୍ମୁଳେ ବିନାସ କରିବାକୁ ପ୍ରୟାସ ଆରମ୍ଭ କରେ । ବସନ୍ତ ଓ ରିଣ୍ଡରପେସ୍ଟ ନାମକ ଆଉ ଏକ ସଂକ୍ରାମକ ରୋଗ ସନ ୨୦୧୧ରେ ଧରାପୃଷ୍ଠରୁ ନିର୍ମୁଳ କରାଯାଇଥିଲା । ଇଂଲଣ୍ଡରେ ସିଫିଲିସ ରୋଗକୁ ପୂର୍ବରୁ ଗ୍ରେଟପକ୍ସ ନାମ ଦିଆଯାଉଥିଲା ଓ ବସନ୍ତ ରୋଗକୁ ୧୫ଶ ଶତାବ୍ଦୀରେ ଏହାଠାରୁ ପୃଥକ୍ କରିବା ନିମନ୍ତେ ସ୍ମଲପକ୍ସ (ବସନ୍ତ) ନାମ ଦିଆଯାଇଥିଲା । ଏହାର ଅନ୍ୟାନ୍ୟ ଐତିହାସିକ ନାମ ଯଥାକ୍ରମେ ପକ୍ସ, ସ୍ପେକ୍ଲ୍ଡ ମନସ୍ଟର ଓ ରେଡ ପ୍ଲେଗ ଦିଆଯାଇଥିଲା ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ଵାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ଦୂତୀ ବାହନ ଓଷା (ଦୁତିଆ ଓଷା, ଦୂତୀଆ ଓଷା, ପୁଅ ଜିଉଁତିଆ ଓଷା, ଦୁତିବାମନ ଓଷା ବା ଜୀମୂତବାହନ ଉପବାସ ନାମରେ ମଧ୍ୟ ଜଣା) ଓଡ଼ିଶାରେ ପାଳିତ ଏକ ଓଷା । ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଏହା ଭିନ୍ନ ଭିନ୍ନ ନାମରେ ଜଣାଶୁଣା । ଓଡ଼ିଶାର ପଶ୍ଚିମାଞ୍ଚଳରେ ଏହା "ପୁଅ ଜିଉଁତିଆ" ନାମରେ ଏକ ମୁଖ୍ୟ ଓଷା ଭାବେ ପାଳିତ ହେଉଥିବା ବେଳେ ବାକି କେତେକ ସ୍ଥାନରେ "ଦୁତିଆ/ଦୂତୀଆ" ବା "ଦୂତୀ ବାହନ ଓଷା" ନାମରେ ପାଳିତ । ଜନନୀମାନେ ପୁଅର ଦୀର୍ଘ ଜୀବନ କାମନା କରି ଏବଂ ବିବାହିତା ନାରୀ, ବନ୍ଧ୍ୟା ଓ ପୁତ୍ରହରା ନାରୀମାନେ ପୁତ୍ରଲାଭ କରିବା ଆଶାରେ ଏହି ନିର୍ଜଳା ଉପବାସ କରି ଓଷା ପାଳନ କରିଥାନ୍ତି । ଏହା ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ପାଳିଯତ ହୋଇଥାଏ । ଏହି ଦିନ ମା'ମାନେ ସାରାଦିନ ଜଳସ୍ପର୍ଶ ନ କରି ଉପବାସ କରିଥାନ୍ତି । କେତେକ ସ୍ଥାନରେ ଭାଇମାନଙ୍କର ଶୁଭମନାସୀ ଭଉଣୀମାନେ ଏ ପ୍ରକାର ଓଷା କରୁଥିବାର ଦୃଷ୍ଟାନ୍ତ ରହିଛି ।
ନରେନ୍ଦ୍ର ଦାମୋଦରଦାସ ମୋଦୀ (ଜନ୍ମ: ୧୭ ସେପ୍ଟେମ୍ବର ୧୯୫୦) ଭାରତର ୧୫ମ ପ୍ରଧାନମନ୍ତ୍ରୀ । ସେ ଭାରତୀୟ ଜନତା ପାର୍ଟିର ଜଣେ ପ୍ରମୁଖ ସଦସ୍ୟ। ସେ ୨୦୧୪ ଲୋକ ସଭା ନିର୍ବାଚନରେ ଭାରତର ପ୍ରମୁଖ ବିପକ୍ଷ ଦଳ ଭାରତୀୟ ଜନତା ପାର୍ଟି ତରଫରୁ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ଗଠବନ୍ଧନର ପ୍ରଧାନମନ୍ତ୍ରୀ ପ୍ରାର୍ଥୀଭାବେ ନିର୍ବାଚନ ଲଢିଥିଲେ ଏବଂ ଉତ୍ତର ପ୍ରଦେଶ ଓ ଗୁଜରାଟରୁ ଯଥାକ୍ରମେ ବାରଣାସୀ ଓ ଭଦୋଦରାରୁ ବିଜୟୀ ହୋଇଥିଲେ । ୧୯୯୮ ମସିହାରେ ଭାରତୀୟ ଜନତା ପାର୍ଟିର ନେତା ଲାଲ କୃଷ୍ଣ ଆଡ଼ଭାନୀଙ୍କଦ୍ଵାରା ଗୁଜରାଟ ଏବଂ ହିମାଚଳ ପ୍ରଦେଶର ନିର୍ବାଚନ ପ୍ରଚାର ପାଇଁ ପସନ୍ଦ କରାଯାଇଥିଲା । ୨୦୦୧ ମସିହାରେ ଗୁଜରାଟର ପୂର୍ବତନ ମୂଖ୍ୟମନ୍ତ୍ରୀ କେଶୁଭାଇ ପଟେଲ ଇସତଫା ଦେବାପରେ ସେ ମୂଖ୍ୟମନ୍ତ୍ରୀ ଭାବେ ୨୦୦୧ ଅକ୍ଟୋବର ୭ ତାରିଖରେ ଶପଥ ଗ୍ରହଣ କରିଥିଲେ । ପୁନର୍ବାର ୨୦୦୭ ଗୁଜରାଟ ବିଧାନ ସଭା ନିର୍ବାଚନରେ ବିପୁଳ ସମର୍ଥନରେ ବିଜୟୀ ହୋଇ ସେ ତୃତୀୟ ଥର ପାଇଁ ମୂଖ୍ୟମନ୍ତ୍ରୀ ହୋଇଥିଲେ । ସେ ଉଭୟ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଜଣେ ବିବାଦୀୟ ବ୍ୟକ୍ତି। ଷାଠିଏ ଦଶକର ମଧ୍ୟ ଭାଗରେ ଭାରତ ପାକିସ୍ତାନ ଯୁଦ୍ଧ ସମୟରେ କିଶୋର ଅବସ୍ଥାରେ ଥାଇ ସୁଦ୍ଧା ସେ ସ୍ବେଚ୍ଛାକୃତ ଭାବରେ ରେଳ ଷ୍ଟେସନରେ ରହିଥିବା ସୈନିକ ମାନଙ୍କୁ ସେବା ଯୋଗାଇ ଦେଇଥିଲେ। ୧୯୬୭ରେ ସେ ଗୁଜରାଟରେ ବନ୍ୟା ପ୍ରଭାବିତ ଅଞ୍ଚଳର ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିଥିଲେ। ତାଙ୍କ ମଧ୍ୟରେ ସାଂଗଠନିକ ଦକ୍ଷତା ଭରି ରହିଥିଲା ଏବଂ ସେ ଲୋକମାନଙ୍କର ଭାବାବେଗକୁ ଭଲ ଭାବରେ ବୁଝିପାରୁଥିଲେ। ସେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି)ରେ ଯୋଗ ଦେଇ ସେବା କାର୍ଯ୍ୟ ଆରମ୍ଭ କରିଥିଲେ ଏବଂ ଗୁଜରାଟର ବିଭିନ୍ନ ସାମାଜିକ-ରାଜନୈତିକ ଘଟଣାଗୁଡ଼ିକରେ ଏକ ଗୁରୁତ୍ବପୂର୍ଣ ଭୂମିକା ନିର୍ବାହ କରିଥିଲେ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ବାମାପଦ ତ୍ରିପାଠୀ ଏବେ ସମାଜର ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ବଲାଙ୍ଗୀର ଜିଲ୍ଲାର ପାଟଣାଗଡ ଉପଖଣ୍ଡ ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ପର୍ବତର ପାଦଦେଶରେ ଥିବା ହରିଶଙ୍କର ଉଭୟ ଶୈବପୀଠ ଓ ପ୍ରାକୃତିକ ସୌନ୍ଦର୍ଯ୍ୟ ପାଇଁ ପ୍ରସିଦ୍ଧ । ଏହାର ଦୂରତା ସଦର ମହକୁମାରୁ ପ୍ରାୟ ୮୦ କି.ମି ହେବ । ଗନ୍ଧମାର୍ଦ୍ଦନ ପର୍ବତର ଉତ୍ତରାଞ୍ଚଳରେ ବରଗଡ଼ ଜିଲ୍ଲାର ପ୍ରସିଦ୍ଧ ନୃସିଂହନାଥ ମନ୍ଦିର ଥିବାବେଳେ ଦକ୍ଷିଣରେ ରହିଛି ହରିଶଙ୍କର । ଏହି ପୀଠରେ ହରି ଓ ଶଙ୍କର ଏକାଠି ପୂଜା ପାଉଥିବାରୁ ଏହି ପୀଠର ସ୍ଵତନ୍ତ୍ରତା ରହିଛି । ହରିଶଙ୍କର ମନ୍ଦିର ଏବଂ ନୃସିଂହନାଥ ମନ୍ଦିର ମଧ୍ୟରେ ଅବସ୍ଥିତ ମାଳଭୂମିରେ ବୌଦ୍ଧ ଧର୍ମାଲମ୍ବୀଙ୍କଦ୍ୱାରା ନିର୍ମାଣ କରାଯାଇଥିବା ଧ୍ୱସ୍ତବିଧ୍ୱସ୍ତ ଏକ ପ୍ରାଚୀନ ପରିମଳଗିରି ବିଶ୍ୱବିଦ୍ୟାଳୟ ରହିଛି ।
ଦୁର୍ଗା ପୂଜା ହିନ୍ଦୁଧର୍ମାବଲମ୍ବୀମାନଙ୍କର ତଥା ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହି ପର୍ବର ଶେଷ ଦିନଟିକୁ ଦଶହରା ବା ବିଜୟା ଦଶମୀ ନାମରେ ପରିଚିତ । ଦୁର୍ଗା ପୂଜା ଶକ୍ତି ଉପାସନାର ପର୍ବ । ଏହା ବିଭିନ୍ନ କୁଳାଚାର ମତେ ଷୋଳଦିନ, ନଅଦିନ ବା ତିନିଦିନ ଧରି ପାଳିତ ହୁଏ । ମୁଖ୍ୟତଃ ଶରତ ଋତୁର ଆଶ୍ଵିନ ଶୁକ୍ଲପକ୍ଷ ପ୍ରତିପଦ ଠାରୁ ନବମୀ ବିଶେଷଭାବେ ଦେବୀଙ୍କ ପୂଜନର ପ୍ରକୃଷ୍ଟ ସମୟ ହୋଇଥିଲେ ହେଁ ଚୈତ୍ର ଶୁକ୍ଲ ପକ୍ଷରେ ମଧ୍ୟ ଏହା ବାସନ୍ତୀ ନବରାତ୍ର ରୂପେ ପାଳନ କରାଯାଇଥାଏ । ଦେବୀ ପୁରାଣ ଓ କାଳିକା ପୁରାଣରେ ଦୁର୍ଗାପୂଜାକୁ ଶାରଦୀୟ ପାର୍ବଣ କୁହାଯାଉଥିବା ବେଳେ ମାର୍କଣ୍ଡେୟ ପୁରାଣରେ ବାର୍ଷିକୀ ଶାରଦ ପୂଜନ କୁହାଯାଏ । ଦେବୀ ଦୁର୍ଗା ଦୁଃଖନାଶିନୀ।ନବରାତ୍ରୀରେ ଦୁର୍ଗାଙ୍କୁ ଶ୍ରଦ୍ଧାର ସହ ପୂଜା କଲେ ଉପାସକ ନବଶକ୍ତି ପ୍ରାପ୍ତ ହେଇଥାନ୍ତି । ଶାରଦୀୟ ନବରାତ୍ରୀ କାଳରେ ବ୍ରହ୍ମାଣ୍ଡର ସମସ୍ତ ଗ୍ରହ ସକ୍ରିୟ ଥିବାରୁ ଶକ୍ତି ଉପାସକଙ୍କର କୈଣସି ଅନିଷ୍ଟ ହୁଏନାହିଁ । ଦୁର୍ଗାଙ୍କର ଏହି ନବଶକ୍ତି ଜାଗ୍ରତ କରିବା ପାଇଁ ନବାର୍ଣ୍ଣ ବା ନବାକ୍ଷରୀ ମନ୍ତ୍ର ଜପ କରିବା ପାଇଁ ପରାମର୍ଶ ଦିଆଯାଇଛି । ନବର ଅର୍ଥ ନଅ ଓ ଅର୍ଣର ଅର୍ଥ ଅକ୍ଷର । ନବାର୍ଣ୍ଣ ମନ୍ତ୍ରଟି ହେଉଛି - ଐଂ ହ୍ଲୀଂ କ୍ଲୀଂ ଚାମୁଣ୍ଡାୟୈ ବିଚ୍ଚେ।ଏହି ମନ୍ତ୍ରର ପ୍ରତ୍ୟେକ ଅକ୍ଷର ଦୁର୍ଗାଙ୍କ ଗୋଟିଏ ଗୋଟିଏ ଶକ୍ତିର ପରିଚାୟକ ।
ପଗ୍ଲୁ, ୨୦୧୮ ମସିହାରେ ମୁକ୍ତିଲାଭ କରିବାକୁ ଥିବା ଏକ ଓଡ଼ିଆ କଥାଚିତ୍ର । ଜଗନ୍ନାଥ ପଟଯୋଶୀ ମହାପାତ୍ର ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ । ରାମ ପ୍ରସାଦ ସାମଲ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ପ୍ରକୃତି ମିଶ୍ର ଓ ଅଭିଷେକ ବେଉରା । ମିହିର ଦାସ, ଅପରାଜିତା ମହାନ୍ତି, ଦୈତାରି ପଣ୍ଡା, ପପୁ ପମ ପମ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।
ଝାନସୀର ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ଵାଧୀନତା ସଂଗ୍ରାମର ଜଣେ ନାୟିକା । ସ୍ଵଦେଶ ଓ ସ୍ଵଜାତିକୁ ପରାଧୀନତାର ଶକ୍ତ ବନ୍ଧନରୁ ମୁକ୍ତ କରିବା ପାଇଁ ଯେଉଁ ନାରୀମାନେ ଆଗକୁ ମାଡି ଆସିଥିଲେ ସେମାନଙ୍କ ମଧ୍ୟରେ ଲକ୍ଷ୍ମୀବାଈ ଅଗ୍ରଗଣ୍ୟା। ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗ ଚାଳନା, ଅଶ୍ଵାରୋହଣ, ବିଭିନ୍ନ୍ ପ୍ରକାର ଶାରୀରିକ ବ୍ୟାୟମ,ଦୁର୍ଦ୍ଦାନ୍ତ ହସ୍ତୀ ମାନଙ୍କୁ ଆୟତ କରିବା ଆଦି ପୁରୁଷ ସୁଲଭ କଳାରେ ସେ ପାରଙ୍ଗମ ଥିଲେ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଭାରତୀୟ ଦଣ୍ଡ ସଂହିତାର ଧାରା ୪୯୭ରେ ବ୍ୟଭିଚାରର ପରିଭାଷା ତଥା ବ୍ୟଭିଚାର ନିମନ୍ତେ ଦଣ୍ଡ ବିଷୟରେ ଉଲ୍ଲେଖ ରହିଅଛି । ଏହି ପରିଭାଷା ଅନୁସାରେ ଜଣେ ପୁରୁଷ ଯଦି ଅନ୍ୟ ସ୍ତ୍ରୀସହ, ଯାହାକୁ ସେ ଅନ୍ୟର ବିବାହିତ ସ୍ତ୍ରୀ ବୋଲି ଜାଣେ, ଉକ୍ତ ପୁରୁଷର ସହମତି ବିନା ସେହି ସ୍ତ୍ରୀର ସହମତିରେ ଯୌନ ସମ୍ଭୋଗ କରେ ତାହା ଆଇନଗତ ଭାବେ ବ୍ୟଭିଚାର ଅପରାଧର ଅନ୍ତର୍ଭୁକ୍ତ ଅଟେ । ବ୍ୟଭିଚାର ଅଭିଯୁକ୍ତ ପୁରୁଷ ପାଇଁ ଦଣ୍ଡର ପ୍ରାବଧାନ ଥିଲେ ବି ବ୍ୟଭିଚାରୀ ସ୍ତ୍ରୀ ପାଇଁ ଦଣ୍ଡର ବ୍ୟବସ୍ଥା ଭାରତୀୟ ଆଇନରେ ନାହିଁ । ତେବେ ହିନ୍ଦୁ ବିବାହ ଅଧିନିୟମ, ୧୯୫୫ର ପ୍ରବଧାନ ଅନୁସାରେ ବ୍ୟଭିଚାର ଭଳି ଅପରାଧରେ ଲିପ୍ତ ଥିବା କାରଣରୁ ପତି କିମ୍ବା ପତ୍ନୀ ନିଜର ଜୀବନ ସାଥୀ ବିରୁଦ୍ଧରେ ବିବାହ ବିଚ୍ଛେଦ ପାଇଁ ମକଦ୍ଦମା କରିପାରିବେ ।
କାଦମ୍ବିନୀ ଗାଙ୍ଗୁଲି(ଜନ୍ମ ୧୮ ଜୁଲାଇ ୧୮୬୧ ଓ ମୃତ୍ୟୁ ୩ ଅକ୍ଟୋବର୧୯୨୩) ଭାରତର ପ୍ରଥମ ମହିଳା ସ୍ମାତକ ଓ ଫିଜିସିୟାନ ଥିଲେ । ଏହା ଛଡା ଭାରତୀୟ ରାଷ୍ଟ୍ରୀୟ କଂଗ୍ରେସ ଅଧିବେସନରେ ଭାଷଣ ଦେଇଥିବା ପ୍ରଥମ ମହିଳା ହେବାର ଗୌରବ ମଧ୍ୟ ସେ ପାଇଥିଲେ । ସେ ପ୍ରଥମ ଦକ୍ଷିଣ ଏସୀୟ ମହିଳା ଥିଲେ ଯିଏକୁ ୟୁରୋପିୟ ମେଡିସିନରେ ପ୍ରଶିକ୍ଷଣ ପାଇଥିଲେ । ସେ କୋଇଲା ଖଣିରେ କାମ କରୁଥିବା ସ୍ତ୍ରୀ ଲୋକ ମାନଙ୍କ ପାଇଁ ମଧ୍ୟ ବହୁତ କାର୍ଯ୍ୟ କରିଛନ୍ତି । ବଙ୍କିମଚନ୍ଦ୍ର ଚଟ୍ଟୋପାଧ୍ୟାୟଙ୍କ ରଚନାବଳୀରୁ ସେ ବହୁତ ପ୍ରଭାବିତ ଥିଲେ। ତାଙ୍କ ମନରେ ଦେଶଭକ୍ତିର ଭାବନା ବଙ୍କିମଚନ୍ଦ୍ର ଚଟ୍ଟୋପାଧ୍ୟାୟଙ୍କ କାବ୍ୟରୁ ହିଁ ଅସିଥିଲା ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
ଓଡ଼ିଶାର ସାମୁଦ୍ରିକ ବାଣିଜ୍ୟର ଇତିହାସ
ଓଡ଼ିଶା ପ୍ରଚୀନ ସମୟରେ କଳିଙ୍ଗ ନାମରେ ଜଣାଶୁଣା ଥିଲା । କଳିଙ୍ଗବାସୀଙ୍କର ସାମୁଦ୍ରିକ ବାଣିଜ୍ୟ ଖ୍ରୀଷ୍ଟପୂର୍ବ ୩୫୦ ପୂର୍ବରୁ ଆରମ୍ଭ ହୋଇସାରିଥିଲା ବୋଲି କେତେକ ପ୍ରାଚୀନ ସୂତ୍ରରୁ ଜଣାପଡେ । ଏହି ଅଞ୍ଚଳର ବ୍ୟବସାୟୀ/ସାଧବମାନେ ବଙ୍ଗୋପସାଗର ପାରକରି ଦକ୍ଷିଣ-ପୂର୍ବ ଏସିଆ ଓ ଚୀନ ସହିତ ବ୍ୟବସାୟିକ ସମ୍ବନ୍ଧ ସ୍ଥାପନ କରି ପାରିଥିଲେ । ଦକ୍ଷିଣ-ପୂର୍ବ ଏସିଆର ଅନେକ ସ୍ଥାନରେ କଳିଙ୍ଗର ସଂସ୍କୃତିର ଛାପ ଦେଖିବାକୁ ମିଳେ । ଖ୍ରୀଷ୍ଟାବ୍ଦ ଷଷ୍ଠ ଶତାବ୍ଦୀରେ ରଚିତ ମଞ୍ଜୁଶ୍ରୀମୂଳକଳ୍ପରେ ବଙ୍ଗୋପସାଗରକୁ “କଳିଙ୍ଗ ସାଗର” ବୋଲି କୁହାଯାଇଛି । ଏହା ସେହି ସମୟର ସାମୁଦ୍ରିକ ବାଣିଜ୍ୟରେ କଳିଙ୍ଗର ଏକଛତ୍ର ପ୍ରଭାବର ସୂଚନା ଦିଏ । ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ପାଳିତ ହେଉଥିବା ବାଲି ଯାତ୍ରା, ବୋଇତ ବନ୍ଦାଣ ଏହି ମହାନ ଇତିହାସର ଜୀବନ୍ତ ସାକ୍ଷୀ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ପାର୍ବତୀ ଗିରୀ (୧୯ ଜାନୁଆରୀ ୧୯୨୬- ୧୯୯୫) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ ଥିଲେ, ସେ ପଶ୍ଚିମ ଓଡ଼ିଶାର ମଦର ଟେରେସା ଭାବେ ପରିଚିତ । ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଓଡ଼ିଶାର ନାରୀ ସ୍ୱାଧିନତା ସଂଗ୍ରାମୀମାନେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଛନ୍ତି । ସେ ଅବିଭାଜିତ ସମ୍ବଲପୁର ଜିଲ୍ଲା ତଥା ବର୍ତ୍ତମାନର ବରଗଡ଼ ଜିଲ୍ଲାର ବିଜେପୁର ନିକଚବର୍ତ୍ତୀ ସମଲାଇପଦର ଗ୍ରାମରେ ୧୯ ଜାନୁଆରୀ ୧୯୨୬ ମସିହାରେ ଜନ୍ମ ଗ୍ରହଣ କରିଥିଲେ।
ଆକ୍ୟୁଟ ଲିମ୍ଫୋବ୍ଲାସ୍ଟିକ ଲିଉକେମିଆ
ଆକ୍ୟୁଟ ଲିମ୍ଫୋବ୍ଲାସ୍ଟିକ ଲିଉକେମିଆ ବା ଏଏଲଏଲ ହେଉଛି ଏକ ପ୍ରକାରର କର୍କଟ ରୋଗ ଯାହା ରକ୍ତକଣିକା ଗୁଡିକର ଲିମ୍ଫୋଏଡ଼ ଲାଇନରେ କର୍କଟ ରୋଗ ସୃଷ୍ଟି କରିଥାଏ, ଯାହାକି ବହୁତ ଗୁଡ଼ିଏ ଅବିକଶିତ ଲିମ୍ଫୋସାଇଟ ଯୋଗୁଁ ହୋଇଥାଏ । ଏହାର ଲକ୍ଷଣଗୁଡିକ ହେଲା, ଥକା ଲାଗିବା, ମଳିନ ଚର୍ମ ରଙ୍ଗ, ଜ୍ୱର ହେବା, ସହଜରେ ରକ୍ତ ବାହାରିବା କିମ୍ବା ଖଣ୍ଡିଆ ହେଇଯିବା, ଲିମ୍ଫ ନୋଡର ଆକାର ବୃଦ୍ଧି ଘଟିବା କିମ୍ବା ହାଡ଼ରେ କଷ୍ଟ ହେବା । ଯେହେତୁ ଏହା ଏକ ଆକ୍ୟୁଟ ଲିଉକେମିଆ, ମଣିଷର ସ୍ୱାସ୍ଥ୍ୟରେ ଅବନତି ଦ୍ରୁତ ଗତିରେ ହୋଇଥାଏ ଏବଂ ଚିକିତ୍ସା ନକରିଲେ କିଛି ସପ୍ତାହ ବା ମାସ ମଧ୍ୟରେ ଏହା ପ୍ରାଣଘାତୀ ମଧ୍ୟ ହୋଇପାରେ ।
ଗାନ୍ଧୀ ଯାନ୍ତ୍ରୀକ ଓ ପ୍ରୌଦ୍ୟୋଗିକ ମହାବିଦ୍ୟାଳୟ, ଗୁଣୁପୁର
ଗାନ୍ଧୀ ଯାନ୍ତ୍ରୀକ ଓ ପ୍ରୌଦ୍ୟୋଗିକ ମହାବିଦ୍ୟାଳୟ(ଜି.ଆଇ.ଇ.ଟି) ଗୁଣୁପୁରରେ ଅବସ୍ଥିତ ଏକ ଘରୋଇ ଯାନ୍ତ୍ରୀକ ଓ ବୈଷୟିକ ଶିକ୍ଷାନୁଷ୍ଠାନ ଅଟେ । ଏ. ଆଇ. ସି.
ଗୋସାଣୀ ଯାତ୍ରା (ଗୋଷାଣୀ ଯାତ) ପୁରୀର ଏକ ପ୍ରସିଦ୍ଧ ପର୍ବ । ଦଶହରା ସମୟରେ ଦୁର୍ଗାପୂଜାକୁ ପୁରୀରେ ଗୋଷାଣି ଯାତ୍ରା ଭାବେ ପାଳନ କରାଯାଏ । ପୁରୀରେ ଥିବା ଅନେକ ସ୍ଥାନରେ ମା' ଦୁର୍ଗାଙ୍କର ମୃଣ୍ମୟୀ ମୂର୍ତ୍ତିପୂଜା ପାଆନ୍ତି। ମହିଷାସୁରର ପତ୍ତନ ପରେ ଦୁର୍ଗାଙ୍କ ସହଚରୀ ଯୋଗିନୀମାନେ ବିଭିନ୍ନ ପୀଠରେ ଅବସ୍ଥାନ କଲେ । ଏହି ମାନଙ୍କ ରୂପକୁ ଗୋସାଣୀ କୁହାଯାଏ । ଗୋସାଣୀମାନଙ୍କ ମୃଣ୍ମୟୀ ମୂର୍ତ୍ତି ଦୁର୍ଗାମୂର୍ତ୍ତିଙ୍କ ଠାରୁ ଭିନ୍ନ। ସପ୍ତମୀଠାରୁ ମହାନବମୀ ପର୍ଯ୍ୟନ୍ତ ମାଆ ଦୁର୍ଗାଙ୍କର ପୂଜା ହେଉଥିବା ବେଳେ ଏହି ଯୋଗିନୀମାନଙ୍କର ପୂଜା ସପ୍ତମୀ ଏକାଦଶୀ ପର୍ଯ୍ୟନ୍ତ ହୁଏ। ଶ୍ରୀକ୍ଷେତ୍ରରେ ଗୋସାଣୀମାନଙ୍କ ଭିନ୍ନ ଭିନ୍ନ ଯଥା କାକୁଡ଼ିଖାଇ, ବାରହାଟି, ଜହ୍ନିଖାଇ, ଶୂନ୍ୟଗୋସାଣୀ, ବଜ୍ରକୋଟ, କଣ୍ଟାକାଢି, ପଣାପ୍ରିୟା, ବେଳବାଇ, ହଜୁରି, ନାଗକୋଟ ଇତ୍ୟାଦି ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ଲିନକ୍ସ (ଇଂରାଜୀ:linux) ଅଧିକାଂଶ କ୍ଷେତ୍ରରେ ଇଉନିକ୍ସ(UNIX) ପରି ମନେହୁଏ ଓ ଇଉନିକ୍ସ ପରି ଦେଖାଯାଏ । କିନ୍ତୁ ଲିନକ୍ସ , ଇଉନିକ୍ସ ଅପେକ୍ଷା ନୂଆ ଅଟେ । ଏହାର ଗଠନ ଆରମ୍ଭ ହେଲା ୧୯୯୧ରେ , ଯେତେବେଳେ ଜଣେ ଫିନ୍ (Finnish) ଛାତ୍ର "ଲିନସ ଟରୱାଲଡସ୍" (Linus Torvalds) ଲିନକ୍ସର ଲେଖା ଆରମ୍ଭ କଲେ, ୮୦୩୮୬ ପ୍ରୋସେସର ପାଇଁ ଏକ ଛୋଟିଆ କର୍ନେଲ(Kernel) ଟିଏ ।ବିକାଶର ପ୍ରାରମ୍ଭରୁ ହିଁ , ଲିନକ୍ସର ସୋର୍ସ୍ କୋଡ୍(Sorce Code) ମାଗଣାରେ ଇଣ୍ଟର୍ନେଟରେ ଉପଲବ୍ଧ ହେଉଥିଲା । ତଦ୍ଦ୍ଵାରା ଲିନକ୍ସର ଇତିହାସକୁ ସାରା ବିଶ୍ଵର ବ୍ୟବହାରକାରୀ ପରିପୃଷ୍ଠ କରି ଚାଲିଲେ । ପ୍ରଥମ କର୍ନେଲ, ଯେଉଁଥିରେ ଇଉନିକ୍ସ ସିଷ୍ଟମର ଅଳ୍ପ କିଛି ଅଂଶ ବ୍ୟବହାର କରଯାଇଥିଲା, କ୍ରମେ ଏହା ଇଉନିକ୍ସର ଅନ୍ୟାନ୍ୟ ବହୁତ ବିଭାଗକୁ ମିଶାଇ ଚାଲିଲା ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ବ୍ରହ୍ମେଶ୍ୱର ମନ୍ଦିର, ଭାରତୀୟ ରାଜ୍ୟ ଓଡ଼ିଶାର ରାଜଧାନୀ ସହର ଭୁବନେଶ୍ୱରଠାରେ ରହିଥିବା ଏକ ୯ ମ ଶତାବ୍ଦୀ ଶେଷାର୍ଦ୍ଧରେ ନିର୍ମିତ ଶିବ ମନ୍ଦିର । ଏହି ମନ୍ଦିର ଅଭ୍ୟନ୍ତରରେ ସୁନ୍ଦର ପ୍ରସ୍ତର ଖୋଦିତ ବିରଳ କଳା ଦେଖିବାକୁ ମିଳେ । ମନ୍ଦିରରେ ଖୋଦିତ ହେଇଥିବା ଶିଳାଲେଖଦ୍ଵାରା ଏହି ମନ୍ଦିରର ନିର୍ମାଣ କାଳ ବିଷୟରେ ସଠିକ ସୂଚନା ମିଳୁଥିଲା । ତେବେ ବର୍ତ୍ତମାନ ତାହା ଅବଲୁପ୍ତ ଅବସ୍ଥାରେ ରହିଛି । ତେବେ ୧୦୫୮ ମସିହାର ଲେଖାକୁ ସଂରକ୍ଷିତ ଭାବରେ ରଖା ଯାଇଛି । ସେହି ଲେଖାନୁସାରେ ସୋମବଂଶୀ ରାଜା ଉଦ୍ୟୋତକେଶରୀଙ୍କ ଶାସନର ୧୮ ତମ ବର୍ଷରେ ତାଙ୍କ ମାତା କୋଳାବତୀ ଦେବୀଙ୍କଦ୍ଵାରା ଏହା ନିର୍ମିତ ହେଇଥିବାର ଜଣା ଯାଇଥାଏ , ଯାହା ୧୦୫୮ ମସିହା ଥିଲା ।
ରଘୁପତି ରାଘବ ରାଜାରାମ (ଓଡ଼ିଆ କଥାଚିତ୍ର)
ରଘୁପତି ରାଘବ ରାଜାରାମ, ୨୦୧୫ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରର ପ୍ରଯୋଜନା କରିଥିଲେ ସୀତାରାମ ଅଗ୍ରୱାଲ । ସାର୍ଥକ ମୁଭିଜ୍ ବ୍ୟାନରରେ ନିର୍ମିତ ହୋଇଥିଲା ଏହି ଚଳଚ୍ଚିତ୍ରଟି । ଏହା ସାର୍ଥକର ୧୪ ତମ ଚଳଚ୍ଚିତ୍ର ଥିଲା । ଏହି ଚଳଚ୍ଚିତ୍ରର ସଂଳାପ ଲେଖିଥିଲେ ଶ୍ରୀକାନ୍ତ ଗୌତମ । ନିର୍ଦ୍ଦେଶକ ସୁଧାଂଶୁ ମୋହନ ସାହୁ ଏହି ଚଳଚ୍ଚିତ୍ରର ଚିତ୍ରନାଟ୍ୟ ଏବଂ ନିର୍ଦ୍ଦେଶନା ଦେଇଥିଲେ । ବିକାଶ ଦାସ ଏହି ଚଳଚ୍ଚିତ୍ରର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ । ଶ୍ରୀକାନ୍ତ ଗୌତମ ଏହି କଥାଚିତ୍ରର ଗୀତଗୁଡ଼ିକ ରଚନା କରିଥିଲେ । ନମିତା ଅଗ୍ରୱାଲ, ସୌରିନ ଭଟ୍ଟ ଆଦି କଣ୍ଠଶିଳ୍ପୀମାନେ ଏହି କଥାଚିତ୍ରରେ କଣ୍ଠଦାନ କରିଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
କ୍ଲାଉଡ଼ ଟେକ୍ନୋଲୋଜି ଏକ ଇଣ୍ଟରନେଟଦ୍ଵାରା ପ୍ରଚଳିତ ଟେକ୍ନୋଲୋଜି । ଏହାକୁ ଅନ୍ ଡିମାଣ୍ଡ କମ୍ପ୍ୟୁଟିଙ୍ଗ ମଧ୍ୟ କୁହାଯାଏ । ଏଠାରେ ଡାଟା ଓ ରିସୋରସ୍ ଗୁଡିକ ଏକ ଗ୍ରୁପ୍ ମଧ୍ୟରେ ଯୋଡି ହୋଇଥିବା କମ୍ପୁଟର ସହିତ ବଣ୍ଟନ କରାଯାଇଥାଏ । ଏକ ଗ୍ରୁପ୍ରେ ଯୋଡିହୋଇରହିଥିବା କମ୍ପୁଟର ମାନଙ୍କୁ ଏକ ସମୂହକୁ ଏହି ଡାଟା ଏବଂ ରିସୋରସ୍ ସବୁ ଦେଖିପାରିବେ । କ୍ଲାଉଡ୍ କମ୍ପୁଟିଂଗ୍ ଓ ଷ୍ଟୋରେଜ୍ ସଲୟୁସନ୍ କ୍ଲାଉଡ୍ ଟେକ୍ନୋଲଜି ବ୍ୟବହାରକାରିଙ୍କୁ ଓ ସଂସ୍ଥା ମାନଙ୍କୁ ଷ୍ଟୋରେଜ୍ ପାଇଁ ଜାଗା ପ୍ରଦାନ କରେ ଓ ଥାର୍ଡ ପାର୍ଟି ଡାଟା ସେଣ୍ଟର୍ଦ୍ଵାରା ତାଙ୍କର ଷ୍ଟୋର କରିଥିବା ଡାଟାକୁ ପ୍ରକ୍ରିୟା କରିବାର କ୍ଷମତା ଦିଏ । କ୍ଲାଉଡ୍ ଟେକ୍ନୋଲାଜି ନେଟୱର୍କିଂ ପାଇଁ ଏକ ଆଦର୍ଶ । ଏହା ସର୍ବବ୍ୟପୀ, ସୁବିଧାଜନକ, ଓ ଅନ୍-ଡିମାଣ୍ଡରେ (ଆବଶ୍ୟକତା ଅନୁସାରେ) ଏକ ନେଟୱର୍କ୍-କମ୍ପୁଟର ରିସୋର୍ସକୁ ନିଜର କ୍ଲାଉଡ୍ର ରିସୋର୍ସ୍ ବ୍ୟବହାର କରିବାର ଅନୁମତି ଓ ସୁବିଧା ମଧ୍ୟ ପ୍ରଦାନ କରିଥାଏ । ବଦଳ କରିହେଉଥିବା କମ୍ପ ରେସୋର୍ସ୍ ନେଟ୍ଵର୍କ, ସର୍ଭର, ଷ୍ଟୋରେଜ, ଆପ୍ଲିକେସନ୍ ଓ ସର୍ଭିସ୍ର ଏକ ସମୁହ । ଏହାକୁ ଅତି ଶୀଘ୍ର ଭାବରେ ଅଳ୍ପ ଖର୍ଚରେ ମ୍ୟନେଜ୍ କରିହୁଏ । ପ୍ରସ୍ତାବକ ଏହା ଦାବୀ କରନ୍ତି ଯେ କ୍ଲାଉଡ କମ୍ପ୍ୟୁଟିଙ୍ଗ୍ ବଡ ବଡ ଅନୁଷ୍ଠାନ ମାନଙ୍କୁ ନିଜର ପରିକଳ୍ପନା ଉପରେ ନିଜର ଧ୍ୟାନ କନ୍ଦ୍ରିତ କରି ଇନ୍ଫାଷ୍ଟ୍ରକ୍ଚର ଖର୍ଚ କମ କରିବାରେ ସାହଜ୍ୟ କରିଥାଏ । ଏହି ଅନୁଷ୍ଠାନ ଗୁଡିକ ଏହା ମଧ୍ୟ ଦାବି କରନ୍ତି ଯେ ଉଦ୍ୟୋଗ କର୍ମୀ ମାନଙ୍କ ପାଇଁ ତାଙ୍କର ଆପ୍ଲିକେସନକୁ ଦ୍ରୁତ ଗତିରେ ଚଳାଇବା ପାଇଁ ଓ ଅଧିକ ସୁବିଧାରେ ଓ କମ୍ ଭରଣପୋଷଣ କରି ଚଳାଇରଖିବାକୁ କ୍ଲାଉଡ ଟେକ୍ନୋଲଜି ସୁବିଧା ପ୍ରଦାନ କରେ । ଆଇ.ଟିର ଦ୍ରୁତଗତିରେ ବୃଦ୍ଧି ହେଉଥିବା ବେଳେ ବ୍ୟବସାୟ ଡିମାଣ୍ଡ ଓ ବୃଦ୍ଧି-ହ୍ରାସକୁ ସଠିକ୍ ଭାବରେ ବ୍ୟବସ୍ଥିତ କରିବା ପାଇଁ ମଧ୍ୟ କ୍ଲାଉଡ୍ ଟେକ୍ନୋଲଜି ସହଜୋଗ କରିଥାଏ ।
ଭାରତ ହେଉଛି ବିଶ୍ଵର ସର୍ବ ବୃହତ୍ ଗଣତାନ୍ତ୍ରିକ ରାଷ୍ଟ୍ର । ଗଣତନ୍ତ୍ରରେ ସରକାରର ୩ଟି ଅଙ୍ଗ ବା ଶାଖା ଥାଏ, ଯଥା ବ୍ୟବସ୍ଥାପକ ସଭା, କାର୍ଯ୍ୟପାଳିକା ଓ ନ୍ୟାୟପାଳିକା । ବ୍ୟବସ୍ଥାପକ ସଭା ଆଇନ ପ୍ରଣୟନ କରୁଥିବାବେଳେ କାର୍ଯ୍ୟପାଳିକା ଏହାକୁ କାର୍ଯ୍ୟକାରୀ କରେ । ସେହିପରି ବିଚାରବିଭାଗ ଏହି ଆଇନ ଗୁଡିକର ତର୍ଜମା, ବ୍ୟାଖ୍ୟା ଓ ସମୀକ୍ଷା କରେ ତଥା ଦୋଷୀକୁ ଦଣ୍ଡବିଧାନ କରେ ।
ବାଲୁଙ୍କେଶ୍ୱର ମନ୍ଦିର ଓଡ଼ିଶାର ଯାଜପୁର ଜିଲ୍ଲାର ଥିବା କଷବା-ଷାଠିବାଟିରେ ଅବସ୍ଥିତ ଏକ ପୁରାତନ ଶିବ ମନ୍ଦିର । ଏଠାରେ ବାଲୁଙ୍କେଶ୍ୱର ପୂଜା ପାଇଥାନ୍ତି । ଆଗରୁ କଷବା ଓ ଷାଠିବାଟିରେ ବହୁଥିବା ଜୁଣେଇ ନଦୀର ଶୁଖିଲା ଶଯ୍ୟାରେ ଏହି ମନ୍ଦିରଟି ସ୍ଥାପନ ହୋଇଥିଲା । ଏହା ଏକାଦଶ ଶତାବ୍ଦୀରେ ସ୍ଥାପିତ ହୋଇଥିଲା । ଯାଜପୁରର କଇଆଁଗୋଲା ରାସ୍ତାର ମଙ୍ଗଳପୁରଠାରୁ ବଡକୁଆଁଲ ରାସ୍ତାରେ ୧.୫ କି.ମି.ଗଲେ ଥାଲକୁଡ଼ି ପଞ୍ଚାୟତର କଷବା ଏବଂ ପାଲଟପୁର ପଞ୍ଚାୟତର ଷାଠିବାଟିରେ ବାଲୁଙ୍କେଶ୍ୱର ମନ୍ଦିର ରହିଛି ।
ଉଦୟଗିରି ଓ ଖଣ୍ଡଗିରି ଗୁମ୍ଫା ଅଧା ପ୍ରକୃତିକ ଓ ଅଧା ମଣିଷଦ୍ୱାରା ତିଆରି ଯାହାର ଐତିହାସିକ, ପୁରାତନ ତତ୍ତ୍ଵ ଓ ଧାର୍ମିକ ଗୁରୁତ୍ତ୍ଵ ରହିଛି । ଏହା ଓଡ଼ିଶାର ଭୁବନେଶ୍ଵରଠାରେ ଅବସ୍ଥିତ । ଗୁମ୍ଫାଗୁଡିକ ଦୁଇଟି ପାହାଡ଼ ଉଦୟଗିରି ଓ ଖଣ୍ଡଗିରିରେ ରହିଛି ଯାହା ହାତୀଗୁମ୍ଫାର ଶିଳାଲେଖରେ କୁମାରୀ ପର୍ବତ ନାମରେ ମଧ୍ୟ ଜଣା ଓ ଏହି ଦୁଇ ପାହାଡ଼ ଉଭୟଙ୍କ ଆଡକୁ ମୁଁହାଇ ରାସ୍ତାର ଦୁଇ ପାଖରେ ଅଛନ୍ତି ।ଖଣ୍ଡଗିରିରେ ୧୫ଟି ଗୁମ୍ଫା ଥିବାବେଳେ ଉଦୟଗିରିରେ ୧୮ଟି ଗୁମ୍ଫା ରହିଛି । ହାତୀ ଗୁମ୍ଫା ନିକଟରେ ବାରଭୁଜା ଦେବୀଙ୍କର ଏକ ମନ୍ଦିର ଅଛି।