ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଦୁର୍ଗା ପୂଜା ଆଶ୍ଵିନ ମାସରେ ହିନ୍ଦୁମାନେ ପାଳନ କରୁଥିବା ଏକ ଉତ୍ସବ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନହେଲେ ସେତେବେଳେ ବ୍ରହ୍ମା, ଶ୍ରୀବିଷ୍ଣୁ ଓ ଶିବଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜଦ୍ଵାରା ଦୁର୍ଗାଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳଦ୍ଵାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଗଦ୍ଵାରା ଶିରଚ୍ଛେଦ କଲେ । ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଦୁର୍ଗା ପୂଜା ହିନ୍ଦୁଧର୍ମାବଲମ୍ବୀମାନଙ୍କର ତଥା ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହି ପର୍ବର ଶେଷ ଦିନଟିକୁ ଦଶହରା ବା ବିଜୟା ଦଶମୀ ନାମରେ ପରିଚିତ । ଦୁର୍ଗା ପୂଜା ଶକ୍ତି ଉପାସନାର ପର୍ବ । ଏହା ବିଭିନ୍ନ କୁଳାଚାର ମତେ ଷୋଳଦିନ, ନଅଦିନ ବା ତିନିଦିନ ଧରି ପାଳିତ ହୁଏ । ମୁଖ୍ୟତଃ ଶରତ ଋତୁର ଆଶ୍ଵିନ ଶୁକ୍ଲପକ୍ଷ ପ୍ରତିପଦ ଠାରୁ ନବମୀ ବିଶେଷଭାବେ ଦେବୀଙ୍କ ପୂଜନର ପ୍ରକୃଷ୍ଟ ସମୟ ହୋଇଥିଲେ ହେଁ ଚୈତ୍ର ଶୁକ୍ଲ ପକ୍ଷରେ ମଧ୍ୟ ଏହା ବାସନ୍ତୀ ନବରାତ୍ର ରୂପେ ପାଳନ କରାଯାଇଥାଏ । ଦେବୀ ପୁରାଣ ଓ କାଳିକା ପୁରାଣରେ ଦୁର୍ଗାପୂଜାକୁ ଶାରଦୀୟ ପାର୍ବଣ କୁହାଯାଉଥିବା ବେଳେ ମାର୍କଣ୍ଡେୟ ପୁରାଣରେ ବାର୍ଷିକୀ ଶାରଦ ପୂଜନ କୁହାଯାଏ । ଦେବୀ ଦୁର୍ଗା ଦୁଃଖନାଶିନୀ।ନବରାତ୍ରୀରେ ଦୁର୍ଗାଙ୍କୁ ଶ୍ରଦ୍ଧାର ସହ ପୂଜା କଲେ ଉପାସକ ନବଶକ୍ତି ପ୍ରାପ୍ତ ହେଇଥାନ୍ତି । ଶାରଦୀୟ ନବରାତ୍ରୀ କାଳରେ ବ୍ରହ୍ମାଣ୍ଡର ସମସ୍ତ ଗ୍ରହ ସକ୍ରିୟ ଥିବାରୁ ଶକ୍ତି ଉପାସକଙ୍କର କୈଣସି ଅନିଷ୍ଟ ହୁଏନାହିଁ । ଦୁର୍ଗାଙ୍କର ଏହି ନବଶକ୍ତି ଜାଗ୍ରତ କରିବା ପାଇଁ ନବାର୍ଣ୍ଣ ବା ନବାକ୍ଷରୀ ମନ୍ତ୍ର ଜପ କରିବା ପାଇଁ ପରାମର୍ଶ ଦିଆଯାଇଛି । ନବର ଅର୍ଥ ନଅ ଓ ଅର୍ଣର ଅର୍ଥ ଅକ୍ଷର । ନବାର୍ଣ୍ଣ ମନ୍ତ୍ରଟି ହେଉଛି - ଐଂ ହ୍ଲୀଂ କ୍ଲୀଂ ଚାମୁଣ୍ଡାୟୈ ବିଚ୍ଚେ।ଏହି ମନ୍ତ୍ରର ପ୍ରତ୍ୟେକ ଅକ୍ଷର ଦୁର୍ଗାଙ୍କ ଗୋଟିଏ ଗୋଟିଏ ଶକ୍ତିର ପରିଚାୟକ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ନଅଦିନ ବ୍ୟାପି ହେଉଥିବା ଏହି ପୂଜାରେ ଶକ୍ତି ସ୍ୱରୂପିଣୀ ମା’ ଦୁର୍ଗାଙ୍କୁ ବିଭିନ୍ନ ରୂପରେ ପୂଜା କରାଯାଏ ଏହି ନବରାତ୍ରିର ପ୍ରଥମ ତିନିଦିନରେ ମା’ଙ୍କୁ ଦୁଷ୍ଟ ବିନାଶିନୀ ଦୁର୍ଗା ତଥା କାଳୀ ରୂପରେ ପୂଜା କରାଯାଏ । ମଝି ତିନିଦିନରେ ମା’ଙ୍କୁ ଧନଧାନ୍ୟ ତଥା ସମ୍ପଦର ଦେବୀ ଲକ୍ଷ୍ମୀଙ୍କ ରୂପରେ ପୂଜା କରାଯାଏ । ସେହିପରି ଶେଷ ତିନିଦିନରେ ମା’ ବିଦ୍ୟାଦାତ୍ରୀ ସରସ୍ୱତୀ ଭାବେ ପୂଜା ପାଇଥାନ୍ତି । ନବରାତ୍ରିର ଶେଷ ଦିନରେ ବିଜୟା ଦଶମୀ ପାଳିତ ହୋଇଥାଏ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଟେରାଟୋମା (ଇଂରାଜୀ ଭାଷାରେ teratoma) ଏକ ଅର୍ବୁଦ (tumor) ରୋଗ ଯାହା ବାଳ (hair), ମାଂସପେଶୀ (muscle) ବା ହାଡ଼ (bone) ଭଳି ଅନେକ ପ୍ରକାରର ତନ୍ତୁମାନଙ୍କୁ ନେଇ ତିଆରି ହୋଇଥାଏ । ସାଧାରଣତଃ ଓଭାରି (ovaries) ବା ଡିମ୍ବ ଗ୍ରନ୍ଥି, ଟେସ୍ଟିକ୍ଲ (testicles) ଓ ଲାଞ୍ଜ ଅସ୍ଥିରୁ (tailbone) ବାହାରିଥାଏ ଓ ଅନ୍ୟ ସ୍ଥାନମାନଙ୍କରୁ କ୍ୱଚିତ ବାହାରେ । ଅର୍ବୁଦ ଆକାର ଛୋଟ ଥିଲେ କମ୍ ଲକ୍ଷଣ ବାହାରେ । ଟେସ୍ଟିକ୍ଲରୁ ବାହାରିଥିବା ଟେରାଟୋମା ଏକ ଲକ୍ଷଣ ବିହୀନ ଗୁଳା ବା ଗୋଟାଳି ଆକାର ଧାରଣ କରେ । ରୋଗ ଜଟିଳ ହେଲେ ଓଭାରିଆନ ଟର୍ସନ (ovarian torsion),ଟେଷ୍ଟିକୁଲାର ଟର୍ସନ ବା ହାଇଡ୍ରପ୍ସ ଫିଟାଲିସ (hydrops fetalis) ରୋଗ ହୁଏ ।ଏହା ଏକ ଅର୍ବୁଦ ଯାହା ଶୁକ୍ରାଣୁ (sperm) ବା ଡିମ୍ବାଣୁ (eggs)) ସୃଷ୍ଟି କରୁଥିବା ଜର୍ମ ସେଲରୁ (germ cell tumor) ବାହାରେ । ଏହା ଦୁଇ ପ୍ରକାର ଦେଖାଯାଏ ଯଥା:- ପକ୍ୱ (mature) ଓ ଅପକ୍ୱ (immature) । ଡର୍ମଏଡ ସିସ୍ଟ (dermoid cyst) ପକ୍ୱ ଶ୍ରେଣୀରେ ଥାଏ ଓ ଏହା ଏକ ବିନାଇନ (benign) ଅର୍ବୁଦ । ଅପକ୍ୱ ଶ୍ରେଣୀର ଅର୍ବୁଦ କର୍କଟ ରୋଗ ଶ୍ରେଣୀର ହୋଇପାରେ । ଅଧିକାଂଶ ଓଭାରିଆନ ଟେରାଟୋମା ପକ୍ୱ ଶ୍ରେଣୀର ଅର୍ବୁଦ । ଟେସ୍ଟିକ୍ଲ ଟେରାଟୋମା ସାଧାରଣତଃ କର୍କଟ ଶ୍ରେଣୀର ଅର୍ବୁଦ । ତନ୍ତୁ ବାୟୋପ୍ସି (tissue biopsy) କରି ରୋଗ ନିର୍ଣ୍ଣୟ କରାଯାଏ ।ସାଧାରଣତଃ ଉପର ଲିଖିତ ସମସ୍ତ ଟେରାଟୋମା ଅପରେଶନ କରି ଚିକିତ୍ସା କରାଯାଏ । ଟେସ୍ଟିକୁଲାର ଓ ଅପକ୍ୱ ଓଭାରିଆନ ଟେରାଟୋମା ଅନେକ ସମୟରେ କେମୋଥେରାପି (chemotherapy) ସାହାଯ୍ୟରେ ଚିକିତ୍ସା କରାଯାଏ ।୩୦,୦୦୦ ନବଜାତ ମଧ୍ୟରୁ ଜଣେ ଲାଞ୍ଜ ଅସ୍ଥି ଟେରାଟୋମାରେ ପିଡ଼ିତ ହୁଏ ଓ ଏହା ସେହି ବୟସରେ ସର୍ବାଧିକ ସାଧାରଣ ଅର୍ବୁଦ ରୂପେ ଗଣ୍ୟ ହୁଏ । ଝିଅମାନେ ପୁଅଙ୍କ ଅପେକ୍ଷା ଅଧିକ ଆକ୍ରାନ୍ତ ହେବା ଦେଖାଯାଏ । ସମସ୍ତ ଓଭାରି ଅର୍ବୁଦଙ୍କ (ovarian tumors) ମଧ୍ୟରୁ ଏକ ଚତୁର୍ଥାଂଶ ଟେରାଟୋମା ଥାଏ ଓ ଏହା ମଧ୍ୟ ବୟସରେ ନଜରକୁ ଆସେ । ସମସ୍ତ ଟେସ୍ଟିକୁଲାର କର୍କଟ (testicular cancers) ରୋଗ ମଧ୍ୟରୁ ପ୍ରାୟ ଅଧା ଅଂଶ ଏହି ଟେରାଟୋମାରୁ ସୃଷ୍ଟି ହୁଏ । ସେଗୁଡ଼ିକ ଉଭୟ ପିଲା ଓ ଯୁବାବସ୍ଥାରେ ଦେଖାଯାଏ । ଗ୍ରୀକ ଶବ୍ଦର ରାକ୍ଷସ ଓ ଅର୍ବୁଦରୁ ଏହି ଟେରାଟୋମା ଶବ୍ଦ ସୃଷ୍ଟି ହୋଇଛି ।
ଓଡ଼ିଶାର ସାମୁଦ୍ରିକ ବାଣିଜ୍ୟର ଇତିହାସ
ଓଡ଼ିଶା ପ୍ରଚୀନ ସମୟରେ କଳିଙ୍ଗ ନାମରେ ଜଣାଶୁଣା ଥିଲା । କଳିଙ୍ଗବାସୀଙ୍କର ସାମୁଦ୍ରିକ ବାଣିଜ୍ୟ ଖ୍ରୀଷ୍ଟପୂର୍ବ ୩୫୦ ପୂର୍ବରୁ ଆରମ୍ଭ ହୋଇସାରିଥିଲା ବୋଲି କେତେକ ପ୍ରାଚୀନ ସୂତ୍ରରୁ ଜଣାପଡେ । ଏହି ଅଞ୍ଚଳର ବ୍ୟବସାୟୀ/ସାଧବମାନେ ବଙ୍ଗୋପସାଗର ପାରକରି ଦକ୍ଷିଣ-ପୂର୍ବ ଏସିଆ ଓ ଚୀନ ସହିତ ବ୍ୟବସାୟିକ ସମ୍ବନ୍ଧ ସ୍ଥାପନ କରି ପାରିଥିଲେ । ଦକ୍ଷିଣ-ପୂର୍ବ ଏସିଆର ଅନେକ ସ୍ଥାନରେ କଳିଙ୍ଗର ସଂସ୍କୃତିର ଛାପ ଦେଖିବାକୁ ମିଳେ । ଖ୍ରୀଷ୍ଟାବ୍ଦ ଷଷ୍ଠ ଶତାବ୍ଦୀରେ ରଚିତ ମଞ୍ଜୁଶ୍ରୀମୂଳକଳ୍ପରେ ବଙ୍ଗୋପସାଗରକୁ “କଳିଙ୍ଗ ସାଗର” ବୋଲି କୁହାଯାଇଛି । ଏହା ସେହି ସମୟର ସାମୁଦ୍ରିକ ବାଣିଜ୍ୟରେ କଳିଙ୍ଗର ଏକଛତ୍ର ପ୍ରଭାବର ସୂଚନା ଦିଏ । ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ପାଳିତ ହେଉଥିବା ବାଲି ଯାତ୍ରା, ବୋଇତ ବନ୍ଦାଣ ଏହି ମହାନ ଇତିହାସର ଜୀବନ୍ତ ସାକ୍ଷୀ ।
ଉଦ୍ବେଗ (ଇଂରାଜୀ: Anxiety) ହେଉଛି ଏକ ମନର ଭାବ ଯାହାକି ମନରେ ଆଭ୍ୟନ୍ତରୀଣ ଅଶାନ୍ତି ସୃଷ୍ଟି କରିଥାଏ, ବହୁ ସମୟରେ ଏଥିସହ ଘାବରେଇ ଯିବା ଭଳି ବ୍ୟବହାର ମଧ୍ୟ ଯଥା ଆଗ ପଛ ହେବା, ଦୈହିକ ଅଭିଯୋଗ ଓ ସବୁବେଳେ ଚିନ୍ତାକରିବା ସ୍ଥତିରେ ରହିବ ଆଦି ହୋଇପାରେ । ଆଗକୁ ଘଟିବାକୁ ଥିବା ଘଟଣାଗୁଡିକ ବିଷୟରେ ଚିନ୍ତା କରିବାର ଏହା ଏକ ଖରାପ ଭାବନା, ଯଥା କେଉଁ ନିଜର ବ୍ୟକ୍ତିଙ୍କର ମୃତ୍ୟୁ ଇତ୍ୟାଦି । ଉଦ୍ବେଗ ଓ ଡର ସମାନ ଭାବନା ନୁହନ୍ତି । ଡର ହେଉଛି ସଙ୍ଗେ ସଙ୍ଗେ ଘଟିଥିବା ଘଟଣାର ଏକ ପ୍ରତିକ୍ରିୟା, କିନ୍ତୁ ଉଦ୍ବେଗ ହେଉଛି ଭବିଷ୍ୟତରେ ଘଟିବାକୁ ଥିବା ଆଶଙ୍କିତ ଘଟଣା । ଉଦ୍ବେଗ ଏକ ସମ୍ପୂର୍ଣ୍ଣ ପ୍ରାକୃତିକ ଭାବନା ଅଟେ, କିନ୍ତୁ ଯଦି ଏହା ବାରମ୍ବାର ହେଉଛି ତେବେ ଏହା ଉଦ୍ବେଗ ଅବ୍ୟବସ୍ଥା ରୂପ ନେଇପାରେ ।
ପଶ୍ଚିମ ଓଡ଼ିଶା ( ଇଂରାଜୀ : Western Odisha ) ଓଡ଼ିଶାର କଳାହାଣ୍ଡି ଜିଲ୍ଲାରୁ ଆରମ୍ଭ କରି ସୁନ୍ଦରଗଡ଼ ଜିଲ୍ଲା ପର୍ଯ୍ୟନ୍ତ ପରିବ୍ୟାପ୍ତ ଭୂଖଣ୍ଡକୁ ପଶ୍ଚିମ ଓଡ଼ିଶା କୁହା ଯାଏ । ଏହି ଅଞ୍ଚଳ ଭିତରେ ସମ୍ବଲପୁର ଜିଲ୍ଲା, ବଲାଙ୍ଗୀର , ବରଗଡ଼, ଦେବଗଡ଼ , ଝାରସୁଗୁଡା , କଳାହାଣ୍ଡି , ବୌଦ, ସୁନ୍ଦରଗଡ଼ ନୂଆପଡ଼ା ,ସୁବର୍ଣ୍ଣପୁର ଜିଲ୍ଲା ( ସୋନପୁର) ଜିଲ୍ଲା ସମୂହ ସହ ଅନୁଗୁଳ ଜିଲ୍ଲାର ଆଠମଲ୍ଲିକ ସବ ଡିଭିଜନ ଅନ୍ତର୍ଭୁକ୍ତ । ଏହାକୁ କୋଶଳ ଅଞ୍ଚଳ ବୋଲି କହାଯାଏ । ପଞ୍ଚମ ଶତାବ୍ଦୀ ପୂର୍ବରୁ ଏହି ଅଞ୍ଚଳ ଦକ୍ଷିଣ କୋଶଳ ନାମରେ ପରିଚିତ ଥିଲା ଏବଂ ଏହା ଏକ ବିଶାଳ ଭୌଗୋଳିକ ଅଞ୍ଚଳ ଥିଲା । ଏହା କୃଷିପ୍ରଧାନ ଅଞ୍ଚଳ ଭାବରେ ଏକ ସାଂସ୍କୃତିକ ସମନ୍ନ୍ୟୟ ପୂର୍ଣ ଅଞ୍ଚଳ ଥିଲା । ଏବେ କଳାହାଣ୍ଡି , କୋରାପୁଟ ଓ ବଲାଙ୍ଗିର ମରୁଡ଼ି ପ୍ରବଣ ଜିଲ୍ଲା ଭାବେ KBK ନାମରେ ଚିହ୍ନିତ ହେଇ ଅନେକ ବର୍ଷ ହେଲା କେନ୍ଦ୍ର ତଥା ରାଜ୍ୟ ସରକାରଙ୍କଦ୍ଵାରା ସ୍ଵତନ୍ତ୍ର ସାହାଯ୍ୟ ପ୍ରାପ୍ତ ହେଇଥିଲେ ମଧ୍ୟ ଖୁବ ଦରିଦ୍ର ଓ ଅନା ଟନ ଭିତରେ ଏହାର ଅଧିକାଂଶ ଅଧିବାସୀ ରହିଛନ୍ତି । ପୁଣି ପୁରା ପଶ୍ଚିମ ଓଡ଼ିଶାର ବିକାଶ ପାଇଁ ରାଜ୍ୟ ସରକାର ସ୍ଵତନ୍ତ୍ର 'ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ' ( WODC ) ଗଠନ କରିଛନ୍ତି ।
କଳାହାଣ୍ଡି (ଆଞ୍ଚଳିକ ଭାଷାରେ କଳାହାନି ମଧ୍ୟ କୁହାଯାଇଥାଏ) ଓଡ଼ିଶାର ପଶ୍ଚିମାଞ୍ଚଳରେ ଅବସ୍ଥିତ ଏକ ଜିଲ୍ଲା । ଏହା ଏକ ପୁରାତନ ସଭ୍ୟତାର ମୂଳକେନ୍ଦ୍ର ଭାବରେ ବିବେଚିତ । ପ୍ରତ୍ନତତ୍ତ୍ଵ ପ୍ରମାଣ ଅନୁସାରେ ଏଠାରେ ପ୍ରସ୍ତର ଯୁଗ ଓ ଲୌହ ଯୁଗର ମାନବ ବସତିର ସୂଚନା ମିଳିଥାଏ ।ଅସୁରଗଡ଼ଠାରେ ୨୦୦୦ ବର୍ଷ ଆଗରୁ ଏକ ଉନ୍ନତ ଓ ସଭ୍ୟ ସହର ଜନ ବସତି ଥିବା ଜଣାଯାଏ ।ଆଗ କାଳରେ ଏହା ମହାକାନ୍ତର (ଅର୍ଥ ବିଶାଳ ଜଙ୍ଗଲ) ଓ କାରୁଣ୍ଡା ମଣ୍ଡଳ (କାରୁଣ୍ଡାର ଅର୍ଥ ମାଣିକ) ଭାବରେ ଜଣା ଥିଲା ଯାହା ଏଠାରେ ମାଣିକ, ଲାଲ ପଥର, ବେରୁଜ, ନୀଲମ, ଓ ଆଲେକଜାଣ୍ଡ୍ରା ଆଦି ମିଳୁଥିବାର ଜଣାଯାଏ । ମାଣିକେଶ୍ଵରୀ (ମାଣିକର ଠାକୁରାଣୀ) କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ଯାହାଙ୍କ ଉପସ୍ଥିତି ଏହି ଜିଲ୍ଲାର ଇତିହାସ ସହ ଯୋଡ଼ା । ଏହା ଫିରିଙ୍ଗି ଶାସନ କାଳରେ ଏକ ରାଜ ଶାସନାଧୀନ ରାଜ୍ୟ ଥିଲା ଓ କଳାହାଣ୍ଡି ଜିଲା "କଳାହାଣ୍ଡି" ଓ ନୂଆପଡ଼ାକୁ ନେଇ ତିଆରି ହୋଇଥିଲା । ୧୯୬୭ରେ, ଶାସନର ସୁବିଧା ନିମନ୍ତେ କଳାହାଣ୍ଡିର କାଶୀପୁର ବ୍ଲକ ରାୟଗଡ଼ା ଜିଲ୍ଲାକୁ ସ୍ଥାନାନ୍ତର କରାଗଲା । ୧୯୮୦ରେ, କଳାହାଣ୍ଡିର ନାମ ପଛୁଆ ଓ ଅନାହାର ମୃତ୍ୟୁ ସହ ଯୋଡ଼ାଗଲା । ତେବେ ଏସବୁ ସତ୍ତ୍ୱେ ବି ଇତିହାସ, ଚାଷ ବାସ, ବନ ସମ୍ବଳ, ମୁଲ୍ୟବାନ ପଥର, ବକ୍ସାଇଟ, ଲୋକନାଟ, ହାତକାମ ଓ କଳାରେ ଏହା ଏକ ସମୃଦ୍ଧ ଜିଲ୍ଲା । ୧୯୯୩ରେ, ନୂଆପଡ଼ା ସଦର ମହକୁମା ଏକ ଅଲଗା ଜିଲ୍ଲା ଭାବରେ ଗଢ଼ାଗଲା, କିନ୍ତୁ କଳାହାଣ୍ଡି ଲୋକ ସଭା ନିର୍ବାଚନ ମଣ୍ଡଳୀରେ ଏବେ ଯାଏଁ ବି କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲା ଅଛି।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ମଦ୍ୟ ଆସକ୍ତି ହେଉଛି ଏକ ପୁରାତନ ମାନସିକ ରୋଗ ଯେଉଁଥିରେ ଜଣେ ବ୍ୟକ୍ତି ମଦ୍ୟର କୁପରିଣାମଗୁଡ଼ିକ ସତ୍ୱେ ବାରମ୍ବାର ମଦ୍ୟ ପାନ କରି ଚାଲିଥାଏ । ୨୦୧୩ ମସିହାରେ ଏହି ରୋଗଟିକୁ ଆଉଥରେ ବର୍ଗୀକରଣ କରାଯାଇ ମଦ୍ୟ ବ୍ୟବହାର ବିକାର କିମ୍ବା ମଦ୍ୟାତ୍ୟୟ ନାମରେ ବର୍ଗୀକରଣ କରାହେଲା । ସାଧାରଣତଃ ଦୁଇ ପ୍ରକାରର ମଦ୍ୟାସକ୍ତି ରହିଥାଏ । ପ୍ରଥମ ପ୍ରକାରର ବ୍ୟକ୍ତି ଯେଉଁମାନେ ଆମୋଦ ପ୍ରମୋଦ ମିଳିବା ଆଶାରେ ମଦ୍ୟ ପାନ କରନ୍ତି, ଅନ୍ୟପକ୍ଷରେ ଆଉ ଏକ ପ୍ରକାରର ବ୍ୟକ୍ତିମାନେ ବିନା ମଦରେ ବହୁତ ସମୟ ଧରି ରହିଯାନ୍ତି, ହେଲେ ଉଦବେଗ ଯୋଗୁଁ ପରେ ଯେବେ ଭୁଲବଶତଃ ଟିକେ ମଦ ପିଇବା ଆରମ୍ଭ କରିଦିଅନ୍ତି, ସେତେବେଳେ ନିଜକୁ ଆୟତ୍ତରେ ରଖିପାରନ୍ତି ନାହିଁ ।ଅନିୟନ୍ତ୍ରିତ ମଦ୍ୟପାନ (ଇଂରାଜୀରେ Binge drinking) ହେଉଛି ଅନ୍ୟ ଏକ ପ୍ରକାରର ମଦ୍ୟ ଆସକ୍ତି । ଏକ ସର୍ବେକ୍ଷଣ ଅନୁସାରେ ଯୁକ୍ତରାଜ୍ୟର ବୟସ୍କ ବାସିନ୍ଦାମାନେ ସବୁଠାରୁ ଅଧିକ ମଦ୍ୟ ପାନ କରିଥାନ୍ତି । ୨୦୧୩ ମସିହାରେ ମଦ୍ୟ ଆସକ୍ତି ଯୋଗୁଁ ବିଶ୍ବରେ ୧,୩୯,୦୦୦ ଜଣ ମୃତ୍ୟୁବରଣ କରିଥିଲେ । ପ୍ରତିଦିନ ଛଅ ଜଣ ବ୍ୟକ୍ତି ମଦ ଯୋଗୁଁ ମୃତ୍ୟୁବରଣ କରୁଛନ୍ତି ।
ପଞ୍ଚଲିଙ୍ଗେଶ୍ଵର ଶିବ ମନ୍ଦିର ଓଡ଼ିଶାର ବାଲେଶ୍ଵର ଜିଲାର ନୀଳଗିରି ପାଖରେ ଥିବା ପଞ୍ଚଲିଙ୍ଗେଶ୍ଵରରେ ଅବସ୍ଥିତ । ଏହି ଲିଙ୍ଗଗୁଡ଼ିକର ଦର୍ଶନ କରିବା ପାଇଁ ଜଣକୁ ପାହାଡ଼଼ି ଚଟାଣ ଭିତରେ ବହିଯାଇଥିବା ଝରଣା ପାଣି ଦେଇ ହାତରେ ଛୁଇଁ ଜାଣିବାକୁ ପଡ଼ିବ । ଏଠାରେ ପାହାଡ଼଼ୀ ଝରଣା ଭିତରେ ପାଞ୍ଚୋଟି ଶିବଲିଙ୍ଗ ପୂଜାପାଉଛନ୍ତି ଯାହାଙ୍କ ନାମ ଅନୁସାରେ ଏହି ଜାଗାର ନାମ ପଞ୍ଚଲିଙ୍ଗେଶ୍ଵର ହୋଇଅଛି ।ବାଲେଶ୍ୱର ସମୁଦ୍ର ଉପକୂଳରେ ବଙ୍ଗୋପସାଗରର ବେଳାଭୂମିକୁ ସାମନ୍ତରାଳଭାବରେ କୁପାରୀ ଠାରୁ ନୀଳଗିରି ପର୍ଯ୍ୟନ୍ତ ପୂର୍ବଘାଟ ପର୍ବତମାଳା ଲମ୍ବିଆସିଛି । ୧୦୦୦ ଫୁଟ ଛୋଟ ଛୋଟ ପାହାଡ଼ "ଦେବଗିରି" ପର୍ବତମାଳାର ପଞ୍ଚେଲିଙ୍ଗେଶ୍ୱର ଏକ ଅଂଶ ବିଶେଷ । ଏହି ଶୈବପୀଠର ପାଦଦେଶରେ ଝରଣାଟିଏ ବହିଯାଇଛି । ଏହି ଜଳସ୍ରୋତ ମଧ୍ୟରେ ଅଦୃଶ୍ୟ ପାଞ୍ଚଗୋଟି ଲିଙ୍ଗ ହେଉଛନ୍ତି ପଞ୍ଚେଲିଙ୍ଗେଶ୍ୱର ପୀଠ । ଭକ୍ତମାନେ ଜଳସ୍ରୋତ ମଧ୍ୟରେ ପଞ୍ଚେଲିଙ୍ଗେଶ୍ୱରଙ୍କୁ ଦର୍ଶନ କରି ପୂଜାକରନ୍ତି । ପ୍ରସ୍ତର ଉପରେ ବସି ପୁଜକ ଶିବଲିଙ୍ଗ ପୂଜା କରିଥାନ୍ତି । ରାଜ୍ୟ ପର୍ଯ୍ୟଟନ ତରଫରୁ ଯାତ୍ରୀନିବାସର ଆନୁସାଙ୍ଗିକ ବ୍ୟବସ୍ଥା ମଧ୍ୟ ରହିଛି । ସରସ୍ୱତୀ ପୂଜା ସମୟରେ ପାଞ୍ଚ ଦିନ ବ୍ୟାପୀ ମେଳା ହୁଏ । ବହୁ ଲୋକ ଏଠାକୁ ଆସି ଦେବଦର୍ଶନ କରିଥାନ୍ତି ଓ ମନୋହାରୀ ଜିନିଷ କିଣିଥାନ୍ତି । ଦେବଗିରି ପର୍ବତର ଶିଖର ଦେଶରେ ମଣ୍ଡଳେଶ୍ୱରୀ ଦେବୀସ୍ଥାନ ରହିନ୍ତି । ଏହାଙ୍କୁ ବର୍ଷାଦେବୀ ମଧ୍ୟ କହାଯାଏ । ବର୍ଷା ନହେଲେ ଦେବୀଙ୍କୁ ପୂଜାକଲେ ବର୍ଷା ହୋଇଥାଏ ବୋଲି ଲୋକବିଶ୍ୱାସ ରହିଛି । ଦେବଗିରି ପର୍ବତମାଳା ପରିବେଷ୍ଟିତ ପର୍ବତର ଶୀର୍ଷଦେଶରୁ ମଙ୍ଗଳପୁର ପ୍ରାଚୀନ ପଥ ଓ ଦୁର୍ଗପର୍ଯ୍ୟନ୍ତ ଏକ ସୁଡ଼ଙ୍ଗ ରହିଛି । ଜନଶୃତି ଅଛି ଯେ ପଞ୍ଚଲିଙ୍ଗେଶ୍ୱର ପାହାଡ଼ର ପାଦଦେଶରୁ ଏହି ସୁଡଙ୍ଗ ରହିଛି ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ସ୍ତନ କର୍କଟ (ଇଂରାଜୀରେ Breast cancer) ରୋଗ ସ୍ତନ ତନ୍ତୁରୁ ବାହାରୁଥିବା ଏକ କର୍କଟ ରୋଗର ନାମ । ସ୍ତନ ଭିତରେ ଗୋଟାଳି ବାହାରିବା, ସ୍ତନ ଆକାରରେ ପରିବର୍ତ୍ତନ ଆସିବା ଓ କ୍ଷୁଦ୍ର ଗାତ ଦେଖାଯିବା। ସ୍ତନାଗ୍ରରୁ ତରଳ ପଦାର୍ଥ ବାହାରିବା ଓ ଚମରେ ଲାଲ କାତି ଚକଡ଼ା ଦେଖାଯିବା ଇତ୍ୟାଦି ଲକ୍ଷଣ ସମସ୍ତ ଏହି ରୋଗରେ ଦେଖାଯାଏ । ଦୂରବର୍ତ୍ତୀ ବ୍ୟାପନ ହେଲେ ହାଡ଼ ଯନ୍ତ୍ରଣା, ଲସିକା ଗ୍ରନ୍ଥି ଫୁଲା, ଛୋଟ ଶ୍ୱାସ କ୍ରିୟା କିମ୍ବା ହଳଦିଆ ଚମ ଲକ୍ଷଣମାନ ଦେଖାଯାଏ ।ସ୍ତନ କର୍କଟ ରୋଗର ସଙ୍କଟାବସ୍ଥାମାନଙ୍କ ନାମ: ସ୍ଥୌଲତା ବା ମୋଟାପଣ, ବ୍ୟାୟାମ ଅଭାବ, ମଦ୍ୟପାନ, ଋତୁବନ୍ଦ ସମୟରେ ହରମୋନ ପ୍ରତିସ୍ଥାପନ, ଆୟୋନାଇଜିଙ୍ଗ ରାଡିଏସନ, ଅଳ୍ପ ବୟସରେ ଋତୁଦର୍ଶନ(menarche), ଡେରିରେ ବା ଆଦୌ ଛୁଆ ନ ହେବା । ପ୍ରାୟ ୫ରୁ ୧୦ % ବଂଶାନୁକ୍ରମିକ ଭାବେ ପିତାମାତାଙ୍କ ଜିନରୁ (BRCA1 ଓ BRCA2) ଆସେ । କ୍ଷୀର ତିଆରି ହେଉଥିବା ଲୋବ୍ୟୁଲ ଓ କ୍ଷୀରବାହିନଳୀର ଜୀବକୋଷରୁ ଆରମ୍ଭ ହୁଏ । କ୍ଷୀରନଳୀରୁ ହେଉଥିବା କର୍କଟକୁ ଡକ୍ଟାଲ କର୍କଟ ଓ [[ଲୋବ୍ୟୁଲରୁ ହେଉଥିବା କର୍କଟକୁ ଲୋବ୍ୟୁଲାର କର୍କତ କୁହାଯାଏ । ଏହା ବ୍ୟତୀତ ୧୮ ପ୍ରକାର ଅନ୍ୟ ସ୍ତନ କର୍କଟ ହୁଏ । ସ୍ଥିତାବସ୍ଥା-ଡକ୍ଟାଲ କର୍କଟରୁ ମଧ୍ୟ କେତେକ କର୍କଟ ରୋଗ ହୁଏ । କର୍କଟ ଗୋଟାଳିରୁ ବାୟୋପ୍ସି ନେଇ ପରୀକ୍ଷା କରି ରୋଗ ନିଣ୍ଣୟ କରାଯାଏ । ଥରେ ରୋଗ ଜଣାପଡ଼ିଗଲେ ଏହାର ବ୍ୟାପିବା ଅବସ୍ଥା ନିମନ୍ତେ ଅଧିକ ପରୀକ୍ଷା କରାଯାଏ । ସ୍ତନ କର୍କଟ ରୋଗରେ ସ୍କ୍ରିନିଙ୍ଗର ଉପକାରିତା ଓ ଅପକାରିତାର ଚର୍ଚ୍ଚା ଦ୍ୱାନ୍ଦାତ୍ମକ ଅଟେ । ସନ ୨୦୧୩ର କକ୍ରେନ ସମୀକ୍ଷା ଅନୁସାରେ ଏହାର ସଠିକ ପ୍ରମାଣ ମିଳୁନାହିଁ । ସନ ୨୦୦୯ର ସମୀକ୍ଷା ଅନୁସାରେ ୟୁ ଏସ ସର୍ଭିସ ଟାସ୍କ ଫୋର୍ସ ସଂସ୍ଥା ୪୦ରୁ ୭୦ ବର୍ଷ ବୟସ୍କ ଲୋକ ଉପକାର ପାଆନ୍ତି, ତେଣୁ ଏହି ସଂସ୍ଥା ପ୍ରତି ଦୁଇ ବର୍ଷରେ ଥରେ ୫୦ରୁ ୭୪ ବର୍ଷ ବୟସ୍କ ଲୋକଙ୍କର ସ୍କ୍ରିନିଙ୍ଗ କରିବାକୁ ଉପଦେଶ ଦେଇଥିଲେ । ଅଧିକ ସଂକଟାପନ୍ନ ଲୋକଙ୍କୁ ଟାମୋକ୍ସିଫେନ କିମ୍ବ ରାଲୋକ୍ସିଫେନ ଔଷଧ ବ୍ୟବହାର କରି ଅଧିକ ସଙ୍କଟ ଥିବା ଲୋକଙ୍କର ସ୍ତନ କର୍କଟ ରୋଗକୁ ପ୍ରତିରୋଧ କରିବାକୁ ଚେଷ୍ଟା କରାଯାଏ । ଏହି ଲୋକମାନଙ୍କର ଉଭୟ ସ୍ତନ ଅପରେଶନଦ୍ୱାର ବାହାର କରିଦେଇ ରୋଗ ରୋକିବାକୁ ଉପଦେଶ ଦିଆଯାଏ । କର୍କଟ ରୋଗ ହୋଇସାରିଥିଲେ ଅପରେଶନ, ରାଡିଏସନ ଥେରାପି, କେମୋଥେରାପି କିମ୍ବା ଟାର୍ଗେଟେଡ ଥେରାପିଦ୍ୱାରା ଚିକିତ୍ସା କରାଯାଏ । ସ୍ତନ କର୍କଟର ପରିସ୍ଥିତି ନେଇ ଅପରେଶନ କରାଯାଏ; ସୁରକ୍ଷାତ୍ମକ ବା ସମ୍ପୁର୍ଣ୍ଣ ନିଷ୍କାସନ । ଅପରେଶନ ସମୟରେ ବା ପରେ ସ୍ତନର ପୁନନିର୍ମାଣ କରାଯାଇପାରେ । ପ୍ରାରମ୍ଭ ସ୍ଥାନରୁ ଅନ୍ୟ ସ୍ଥାନକୁ ବ୍ୟାପିଥିଲେ କେବଳ ଆରାମ ଓ ପରିବର୍ତ୍ତିତ ଜୀବନ ନିମନ୍ତେ ଚେଷ୍ଟା କରାଯାଏ । ସ୍ତନ କର୍କଟର ପ୍ରକାର, ଅଗ୍ରସର ବା ରୋଗ ସ୍ଟେଜ ଓ ରୋଗୀର ବୟସ ଉପରେ ଫଳାଫଳ ନିର୍ଭର କରେ । ବିକଶିତ ଦେଶମାନଙ୍କରେ ବଞ୍ଚିବା ହାର ଅଧିକ, ଆମେରିକା ଓ ଇଂଲଣ୍ଡରେ ପାଞ୍ଚ ବର୍ଷ ଆୟୁଷ ହାର ୮୦ %ରୁ ୯୦ % । ବିକାଶଶୀଳ ଦେଶମାନଙ୍କରେଏହି ଆୟୁଷ ହାର ଅତି କମ । ପୃଥିବୀରେ ମହିଳାମାନଙ୍କଠାରେ ହେଉଥିବା ସମୁଦାୟ କର୍କଟ ମଧ୍ୟରେ ସ୍ତନ କର୍କଟ ହାର ସର୍ବାଧିକ, ପ୍ରାୟ ୨୫ % । ସନ ୨୦୧୨ର ହିସାବ ଅନୁସାରେ ୧.୬୮ ନିୟୁତ ସ୍ତନ କର୍କଟ ହୋଇଥିଲା ଓ ୫୨୨,୦୦୦ ମୃତ୍ୟୁ ହୋଇଥିଲା । ବିକଶିତ ଦେଶମାନଙ୍କରେ ଏହି ରୋଗ ଅଧିକ ଦେଖାଯାଏ ଓ ପୁରୁଷମାନଙ୍କ ରୋଗ ଅପେକ୍ଷା ଏହା ୧୦୦ ଗୁଣ ଅଧିକ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ଡିମ୍ବାଣୁ (ଇଂରାଜୀ: Egg Cell ବା Ovum) ଲୈଙ୍ଗିକ ପ୍ରଜନନ କରୁଥିବା ପ୍ରାଣୀ ଏବଂ ଉଦ୍ଭିଦମାନଙ୍କ ଠାରେ ଥିବା ଏକ ପ୍ରଜନନ କୋଷ ତଥା ସ୍ତ୍ରୀଯୁଗ୍ମକ । ପଶୁ ଏବଂ ଏମ୍ବ୍ରୋଫାଇଟ୍ ଉଭୟଙ୍କ ଡିମ୍ବାଣୁ ଉତ୍ପନ୍ନ କରିଥାନ୍ତି । ଡିମ୍ବାଣୁ ମୁଖ୍ୟତଃ କ୍ରିୟାଶୀଳ ଅବସ୍ଥାରେ ନ ଥାଏ । ଶୁକ୍ରାଣୁ ତୁଳନାରେ ଡିମ୍ବାଣୁ ଅପେକ୍ଷାକୃତ ବଡ଼ ହୋଇଥାଏ ଏବଂ ଖାଲି ଆଖିରେ ଦେଖିହୁଏ । ଏହି ଡିମ୍ବାଣୁ ଯେତେବେଳେ ଶୁକ୍ରାଣୁ ସଂସ୍ପର୍ଶରେ ଆସି ଗର୍ଭାଧାନ ହୁଏ, ଡିପ୍ଲଏଡ଼ କୋଷ ତଥା ଯୁଗ୍ମକ ସୃଷ୍ଟି ହୋଇଥାଏ ।
ଅବସାଦ(ଇଂରାଜୀ: Depression) ହେଉଛି ମନର ଏକ ପ୍ରକାର ଭାବ ବା ଅବସ୍ଥା ଯେଉଁଥିରେ କିଛି କାମଦାମ କରିବାକୁ ଇଛା ହୁଏନାହିଁ , ମନ ଉଦାସ ରହେ ଇତ୍ୟାଦି ଯାହାକି ଜଣେ ମନୁଷ୍ୟର ଚିନ୍ତାଧାରା, ବ୍ୟବହାର, ପ୍ରବୃତ୍ତି, ଭାବନା ଏବଂ ଭଲ କଥା ଭାବିବା ଆଦିକୁ ପ୍ରଭାବିତ କରିପାରେ । ଗୋଟିଏ ଅବସାଦ ମନ ସାଧାରଣତଃ ନିଜ ଲୋକ କାହାକୁ ହରେଇବାର ଏକ କ୍ଷଣସ୍ଥାୟୀ ପ୍ରତିକ୍ରିୟା ହୋଇଥାଏ । ଆହୁରି କୌଣସି ଔଷଧର ପାର୍ଶ୍ୱ ପ୍ରତିକ୍ରିୟାରେ ବି ହୋଇପାରେ କିମ୍ବା କୌଣସି ଶାରୀରିକ ରୋଗ ଯୋଗୁଁ ମଧ୍ୟ ହୋଇପାରେ । ଗୋଟିଏ ଅବସାଦ ମନ ମଧ୍ୟ କିଛି ମନ ରୋଗ, ପ୍ରମୁଖ ଅବସାଦ ବେମାରୀର ଲକ୍ଷଣ ହୋଇଥାଏ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ଵର ବିଭିନ୍ନ ସ୍ଥାନରୁ ସ୍ଵେଚ୍ଛାସେବକ ମାନଙ୍କ ଅବଦାନଦ୍ଵାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ଵର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ବରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ଵାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ବାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ଵର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ତିନ୍ ମୂର୍ତ୍ତୀ ଭବନ ହେଉଛି ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ପୂର୍ବତନ ବାସଗୃହ । ଏହା ଦିଲ୍ଲୀଠାରେ ଅବସ୍ଥିତ । ୧୯୬୪ ମସିହା ମଇ ମାସ ୨୭ ତାରିଖରେ ଜବାହରଲାଲ ନେହେରୁଙ୍କ ମୃତ୍ୟୁ ହୋଇଥିଲା । ନିଜ ମୃତ୍ୟୁ ପର୍ଯ୍ୟନ୍ତ ଦୀର୍ଘ ୧୬ ବର୍ଷ ଧରି ସେ ଏହି ବାସଭବନରେ ରହିଆସୁଥିଲେ । କନଟ୍ ପ୍ଲେସ୍ (Connaught Place)ର ନକ୍ସା ପ୍ରସ୍ତୁତ କରିଥିବା ବ୍ରିଟିଶ୍ ସ୍ଥପତି ରବର୍ଟ୍ ଟର୍ ରସେଲ୍ ଏହି ଭବନଟିର ପରିକଳ୍ପନା କରିଥିଲେ । ଏହି ଭବନ ୧୯୩୦ ମସିହାରେ ଭାରତୀୟ ବ୍ରଟିଶ୍ ସେନାବାହିନୀର ମୁଖ୍ୟ କମାଣ୍ଡର୍ ବା କମାଣ୍ଡର୍-ଇନ୍-ଚିଫ୍ଙ୍କ ରହିବା ପାଇଁ ନିର୍ମାଣ କରାଯାଇଥିଲା ।ବର୍ତ୍ତମାନ ତିନ୍ ମୂର୍ତ୍ତୀ ଭବନ ନେହେରୁ ସ୍ମାରକ ସଂଗ୍ରହାଳୟ ଏବଂ ପୁସ୍ତକାଳୟ (Nehru Memorial Museum and Library ବା NMML) ଭାବେ ସର୍ବସାଧାରଣଙ୍କ ପାଇଁ ଖୋଲାଯାଇଛି । ଏହା ସଂସ୍କୃତି ମନ୍ତ୍ରଣାଳୟ (ଭାରତ) ଅଧିନରେ ଅଛି ଓ ପ୍ରଫେସର୍ ଲୋକେଶ ଚନ୍ଦ୍ର ବର୍ତ୍ତମାନ ଏହାର ଶାସନ ପରିଷଦ (Executive Council)ର ଅଧ୍ୟକ୍ଷ ଅଛନ୍ତି । ୧୯୬୪ ମସିହାରେ ଭାରତର ତତ୍କାଳୀନ ରାଷ୍ଟ୍ରପତି ଡା.
"ମି ଠୁ" (Me too କିମ୍ବା "#metoo) ୨୦୧୭ ମସିହାରେ ଯୌନ ଶୋଷଣ ଓ ଉତ୍ପୀଡ଼ନ ବିରୋଧରେ ସୋସିଆଲ ମିଡ଼ିଆରେ ଏକ ଦ୍ୱିଶବ୍ଦବିଶିଷ୍ଟ ହ୍ୟାସଟ୍ୟାଗରେ ପରିଣତ ହେଲା । ହାର୍ଭି ଉଇନଷ୍ଟାଇନଙ୍କ ବିରୋଧରେ ଉଠିଥିବା ଯୌନ ଅପବ୍ୟବହାର ଅଭିଯୋଗର ଉତ୍ତର ଭାବେ ଏହା ଆରମ୍ଭ ହୋଇଥିଲା । ଏହି ଖଣ୍ଡବାକ୍ୟ ଅକ୍ଟୋବର ୧୫ ତାରିଖ ସୁଦ୍ଧା ୨୦୦,୦୦୦ ଥର ବ୍ୟବହାର ହୋଇସାରିଥିଲା ଓ ଅକ୍ଟୋବର ୧୬ ତାରିଖ ସୁଦ୍ଧା ୫୦୦,୦୦୦ ଥର ବ୍ୟବହାର ହୋଇସାରିଥିଲା । ହ୍ୟାସଟ୍ୟାଗଟି ଫେସବୁକରେ ୬୦୦,୦୦୦ ଥର ବ୍ୟବହାର ହୋଇ ଯୌନ ଶୋଷଣ ଓ ଉତ୍ପୀଡ଼ନ ବାବଦରେ ୬ ମିଲିଅନ ଆଲୋଚନା ପାଇଁ ବାଟ ତିଆରି କରିଥିଲା । ଉକ୍ତ ଅସୁବିଧାର ହାର ଓ ସର୍ବବ୍ୟାପୀତା ବାବଦରେ ସଚେତନତା ସୃଷ୍ଟି କରିବା ପାଇଁ ଆଲିସିଆ ମିଲାନୋ ଏହି ଶବ୍ଦକୁ ଏକ ଅଭିଯାନ ଭାବେ ବ୍ୟବହାର କରିବା ପାଇଁ ଉତ୍ସାହୀତ କରିଥିଲେ । ଅନେକ ଜଣାଶୁଣା ବ୍ୟକ୍ତିତ୍ୱ ଏଥିରେ ଯୋଗଦେଇଥିଲେ । ସେମାନେ ହେଲେ:
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ଓଡ଼ିଆ ଭାଗବତ ଜଗନ୍ନାଥ ଦାସଙ୍କ ରଚିତ ଓଡ଼ିଆ ଭାଷାର ଏକ ପୁରାତନ ସାହିତ୍ୟିକ ପୁରାଣ କୃତି । ଏହା ୧୪ଶ ଶତାବ୍ଦୀରେ ରଚିତ ।, ଭାଗବତ ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ଏହି ପୋଥିମାନଙ୍କୁ ଏକାଠି କରି ତାହାକୁ ଛପା ବହି ଆକାରରେ ପ୍ରକାଶ କରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଟୁଙ୍ଗି ଓ ଭାଗବତ ଗାଦି/ଭାଗବତ ଗୋସାଇଁ ଆଦି ସାମୁହିକ ଭାଗବତ ପାଠ ପାଇଁ ରହିଥିଲା । ଜଗନ୍ନାଥଙ୍କ ପାଖେ ମଧ୍ୟ ଭାଗବତ ପଢ଼ାଯାଏ । ଏହା ଆଗ କାଳରେ ଭାଗବତ ଟୁଙ୍ଗି ମାନଙ୍କରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ହେତୁ ଏହା ଓଡ଼ିଆ ଘର ମାନଙ୍କରେ ବୋଲାଯାଇଥାଏ । ଭାଗବତ ପ୍ରତି ଓଡ଼ିଆ ଘରେ ସନ୍ତାନ ଜନ୍ମ ହେବା ଏନ୍ତୁଡ଼ିଶାଳରେ, ମୁମୂର୍ଷର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ, ମହାମାରୀ, ହଇଜା ଓ ଗ୍ରାମର ଅନିଷ୍ଟ ଆଶଙ୍କା ଭୟରେ ଭାଗବତ ପାଠ କରାଯାଉଥିଲା ।
ମହାମାୟୀ ଦୁର୍ଗା ସମଗ୍ର ଦେବକୁଳର ସର୍ବୋତ୍ତମ ଅସ୍ତ୍ରଗୁଡିକର ଅଧିକାଅରିଣୀ । ସେ ମଧ୍ୟ ସେସବୁ ଅସ୍ତ୍ରର ପ୍ରୟୋଗକାରିଣୀ । ପଶୁରାଜ ସିଂହ ଦୁର୍ଗାଙ୍କ ବାହାନ । ତାଙ୍କ ଅଙ୍ଗଭୂଷଣ ତଥା ଅଙ୍ଗରକ୍ଷୀ ଭାବେ କାର୍ଯ୍ୟ କରୁଛନ୍ତି ବିଷଧର ନାଗକୁଳ । ମାର୍କଣ୍ଡେୟ ପୁରାଣ ଅନ୍ତର୍ଗତ ‘ଚଣ୍ଡୀ’ରେ କୁହାଯାଇଛି ଭଗବତୀ ଚଣ୍ଡିକା ମହାମାୟା ଏବଂ ସନାତନୀ ଦେବୀ ହେଇଥିଲେ ହେଁ ବିଶ୍ଵର କଲ୍ୟାଣ ପାଇଁ ସେ ବାରମ୍ବାର ଆବିର୍ଭୂତା ହୋଇଥାନ୍ତି । ପ୍ରତ୍ୟେକ ମନୁଷ୍ୟର ଶରୀରରେ ଆଦ୍ୟାଶକ୍ତି କୁଳକୁଣ୍ଡଳିନୀ ରୂପେ ବିରାଜିତା । ସୃଷ୍ଟିର ପ୍ରଥମ ଉଚ୍ଚାରଣ ମା’ । ସେ ଗର୍ଭଧାରିଣୀ ଲାଳନପାଳନ କର୍ତ୍ତ୍ରୀ ତଥା ତ୍ୟାଗ,ଦୟା,ଦୟା, କ୍ଷମା ଓ ମମତାର ପ୍ରତୀକାତ୍ମକ ରୂପ । ମା’ଙ୍କର ଉପାସନା ଇତିହାସର ବର୍ଗବନ୍ଧନୀଠାରୁ ମଧ୍ୟ ବହୁ ପୁରାତନ । ଆଦ୍ୟାଶକ୍ତି ଭାବେ ସେ ସର୍ବଶକ୍ତିମୟୀ।
ଭାରତର ସ୍ଵାଧୀନତା ସଂଗ୍ରାମ ଅନ୍ୟତମ ପ୍ରମୁଖ ଘଟଣା "ଲବଣ ସତ୍ୟାଗ୍ରହ " ୧୯୩୦ ମସିହା ମାର୍ଚ୍ଚ ୧୨ ତାରିଖରେ ଗୁଜରାଟ ରାଜ୍ୟର ସମୁଦ୍ର ତଟବର୍ତ୍ତୀ ଗ୍ରାମ ଦାଣ୍ଡୀକୁ ପଦଯାତ୍ରା ସହ ଆରମ୍ଭ ହେଇଥିଲା | ଏହା ପରାଧୀନ ଭାରତରେ ବ୍ରିଟିଶ୍ ସରକାରଙ୍କ ଲବଣ ବ୍ୟବସାୟରେ ଏକଚାଟିଆ ଆଧିପତ୍ୟ ଓ ଲବଣ ଉପରେ ଅତ୍ୟଧିକ ଟିକସ ବିପକ୍ଷରେ ଏକ ଶକ୍ତିଶାଳୀ ଅହିଂସାପୂର୍ଣ ଆନ୍ଦୋଳନ ଥିଲା |ମୋହନଦାସ କରମଚାନ୍ଦ ଗାନ୍ଧୀ (ମହାତ୍ମା ଗାନ୍ଧୀ) ଏହି ଆନ୍ଦୋଳନର ଆରମ୍ଭ କରି ମାର୍ଚ୍ଚ୧୨ ତାରିଖ ସକାଳ ୬:୩୦ରେ ୭୮ ଜଣ ଅନୁଗାମୀଙ୍କ ସହ ପ୍ରାୟ ୨୪୧ ମାଇଲ୍ (୩୯୦ କି.ମି.) ଦୂରରେ ଅବସ୍ଥିତ ଦାଣ୍ଡୀକୁ ଯାତ୍ରା ଆରମ୍ଭ କରିଥିଲେ | ୨୪ ଦିନ ଧରି ଚାଲିଥିବା ଏହି ପଦଯାତ୍ରାରେ କ୍ରମେ ସହସ୍ରାଧିକ ଦେଶବାସୀ ଗାନ୍ଧିଜୀଙ୍କ ସହ ଯୋଗ ଦେଇଥିଲେ |
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଲକ୍ଷ୍ମୀନାରାୟଣ ସାହୁ (୩ ଅକ୍ଟୋବର ୧୮୯୦ - ୮ ଜାନୁଆରୀ ୧୯୬୩) ଜଣେ ଓଡ଼ିଆ ଲେଖକ, କବି, ସାମ୍ଵାଦିକ, ସମାଜସେବୀ, ସଂସ୍କାରକ, ଐତିହାସିକ ଓ ରାଜନୀତିଜ୍ଞ ଥିଲେ ।ବାଲେଶ୍ଵର ନିକଟସ୍ଥ ମଣିଖମ୍ଵ ଗ୍ରାମର କ୍ଷେତ୍ରମୋହନ ସାହୁଙ୍କର ସେ ଏକମାତ୍ର ସନ୍ତାନ ଥିଲେ । ସ୍କୁଲ ଶିକ୍ଷା ପରେ ସେ ଏକାଧିକ ବିଷୟରେ ଏମ୍.ଏ. ଓ ଏଲ୍.ଏଲ୍.ବି. ପାସ କରିଥିଲେ । ପୁରୀର ଭିକ୍ଟୋରିଆ କ୍ଳବ ହୋଟେଲରେ ଜଣେ ପରିଚାଳକ ଭାବେ ସେ ନିଜ କର୍ମମୟ ଜୀବନ ଆରମ୍ଭ କରିଥିଲେ । ଅଳ୍ପ କିଛି ଦିନ ପରେ ସେ ଚାକିରି ଛାଡି, ଶିକ୍ଷକତା କରିଥିଲେ । । ସେ ତାଙ୍କର ଜନଜାତି ସମ୍ପର୍କୀୟ ଲେଖା ଯୋଗୁ ଖ୍ୟାତିପ୍ରାପ୍ତ ହୋଇଥିଲେ । ଜନଜାତିଙ୍କର ପୁରୁଷ ପୁରୁଷ ଧରି ଚଳିଆସୁଥିବା ମୂଖନିସୃତ କାହାଣୀରେ ସ୍ଵର୍ଗ, ନର୍କ, ସୃଷ୍ଟି ଓ ମୃତ୍ୟୁ ବିଷୟରେ ସେ ଲେଖିଚାଲିଥିଲେ । ଓଡ଼ିଶାର ଗ୍ରାମ୍ୟ ନାଚ ତଥା ସଙ୍ଗୀତ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ସହ ଓତଃପ୍ରୋତ ଭାବେ ଜଡ଼ିତ ଥିଲେ ଓ ତାହାର ଉନ୍ନତି ଓ ସ୍ଥାୟୀତ୍ଵ ନିମନ୍ତେ କାମ କରିଥିଲେ । ଓଡ଼ିଆ ଛଡା ହିନ୍ଦୀ, ବଙ୍ଗଳା ଓ ସଂସ୍କୃତରେ ମଧ୍ୟ ଲେଖା ଲେଖି କରୁଥିଲେ । ଗଳ୍ପ ମଧ୍ୟରେ ବୀଣା, ସୁଲତା, କଣ୍ଟ୍ରୋଲ ରୁମ୍, କବିତା ମଧ୍ୟରେ ପଶର ଓ ସାମାଜିକ ଗଳ୍ପ ସ୍ପ୍ରିଙ୍ଗ ଅଫ୍ ଦି ସୋଲ୍ ତାଙ୍କୁ ପ୍ରସିଦ୍ଧି ଆଣିଥିଲା । ଓଡ଼ିଆ ଖବରକାଗଜ ସହକାର ଓ ଇଂରାଜୀ ଖବରକାଗଜ ଷ୍ଟାର ଅଫ୍ ଉତ୍କଳରେ ଲେଖୁଥିଲେ । ଅସ୍ପୃଶ୍ୟପ୍ରଥା ଓ ମହିଳାମାନଙ୍କ ଦୁର୍ଗତି ବିରୁଦ୍ଧରେ ସେ ସମାଜ ସଂସ୍କାରକ ଭାବେ କାମ କରୁଥିଲେ । ସେ ଓଡ଼ିଶା ଆସେମ୍ଵ୍ଲିକୁ ୧୯୪୭ ମସିହାରେ ନିର୍ବାଚିତ ହୋଇଥିଲେ ଓ ଭାରତର କନ୍ସ୍ଟିଚୁଏଣ୍ଟ ଆସେମ୍ଵ୍ଲିର ସେ ସଭ୍ୟ ଥିଲେ । ସେ ତାଙ୍କର ଅଗ୍ନିବର୍ଷୀ ସାରଗର୍ଭକ ଭାଷଣଦ୍ଵାରା ଭାରତର ସମ୍ଵିଧାନର ଚିଠା ପ୍ରସ୍ତୁତ ବେଳେ ଯୁକ୍ତି କରି କହିଥିଲେ ଯେ ତାହା ବିପଦଜନକ ଓ ବିପରୀତଧର୍ମୀ ଥିଲା ଯାହାକୁ ବାହାର ନ କଲେ ଭାରତକୁ ଭବିଷ୍ୟତରେ ଖଣ୍ଡ ବିଖଣ୍ଡ କରିଦେବ ଓ ଏହି ଯୁକ୍ତିକୁ ବି.
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ବାଲୁଙ୍କେଶ୍ୱର ମନ୍ଦିର ଓଡ଼ିଶାର ଯାଜପୁର ଜିଲ୍ଲାର ଥିବା କଷବା-ଷାଠିବାଟିରେ ଅବସ୍ଥିତ ଏକ ପୁରାତନ ଶିବ ମନ୍ଦିର । ଏଠାରେ ବାଲୁଙ୍କେଶ୍ୱର ପୂଜା ପାଇଥାନ୍ତି । ଆଗରୁ କଷବା ଓ ଷାଠିବାଟିରେ ବହୁଥିବା ଜୁଣେଇ ନଦୀର ଶୁଖିଲା ଶଯ୍ୟାରେ ଏହି ମନ୍ଦିରଟି ସ୍ଥାପନ ହୋଇଥିଲା । ଏହା ଏକାଦଶ ଶତାବ୍ଦୀରେ ସ୍ଥାପିତ ହୋଇଥିଲା । ଯାଜପୁରର କଇଆଁଗୋଲା ରାସ୍ତାର ମଙ୍ଗଳପୁରଠାରୁ ବଡକୁଆଁଲ ରାସ୍ତାରେ ୧.୫ କି.ମି.ଗଲେ ଥାଲକୁଡ଼ି ପଞ୍ଚାୟତର କଷବା ଏବଂ ପାଲଟପୁର ପଞ୍ଚାୟତର ଷାଠିବାଟିରେ ବାଲୁଙ୍କେଶ୍ୱର ମନ୍ଦିର ରହିଛି ।
ଭାରତୀୟ ଉପ ମହା ଦ୍ଵୀପରେ ବସବାସ କରୁଥିବା ହିନ୍ଦୁ ପରିବାରରେ ଯୌଥ ପରିବାରର ଚଳଣି ଦେଖିବାକୁ ମିଳେ ଯେଉଁଠି ଗୋଟିଏ ପରିବାରର ଏକାଧିକ ପିଢ଼ି ଯଥା ଜେଜେବାପା-ଜେଜେମା, ବାପା-ମା, କକା -ଖୁଡୀ, ସ୍ଵାମୀ-ସ୍ତ୍ରୀ ତଥା ଭାଇ-ଭଉଣୀ ଏକା ସାଥିରେ ବସବାସ କରନ୍ତି । ହିନ୍ଦୁ ଆଇନ ଅନୁସାରେ ଏକ ସାଧାରଣ ପୂର୍ବ ପୁରୁଷରୁ ବଂଶଜ ଭାବେ ଆସିଥିବା ସମସ୍ତ ସଦସ୍ୟ ଯୌଥ ପରିବାରର ଅନ୍ତର୍ଗତ ।
ଉଦୟଗିରି ଓ ଖଣ୍ଡଗିରି ଗୁମ୍ଫା ଅଧା ପ୍ରକୃତିକ ଓ ଅଧା ମଣିଷଦ୍ୱାରା ତିଆରି ଯାହାର ଐତିହାସିକ, ପୁରାତନ ତତ୍ତ୍ଵ ଓ ଧାର୍ମିକ ଗୁରୁତ୍ତ୍ଵ ରହିଛି । ଏହା ଓଡ଼ିଶାର ଭୁବନେଶ୍ଵରଠାରେ ଅବସ୍ଥିତ । ଗୁମ୍ଫାଗୁଡିକ ଦୁଇଟି ପାହାଡ଼ ଉଦୟଗିରି ଓ ଖଣ୍ଡଗିରିରେ ରହିଛି ଯାହା ହାତୀଗୁମ୍ଫାର ଶିଳାଲେଖରେ କୁମାରୀ ପର୍ବତ ନାମରେ ମଧ୍ୟ ଜଣା ଓ ଏହି ଦୁଇ ପାହାଡ଼ ଉଭୟଙ୍କ ଆଡକୁ ମୁଁହାଇ ରାସ୍ତାର ଦୁଇ ପାଖରେ ଅଛନ୍ତି ।ଖଣ୍ଡଗିରିରେ ୧୫ଟି ଗୁମ୍ଫା ଥିବାବେଳେ ଉଦୟଗିରିରେ ୧୮ଟି ଗୁମ୍ଫା ରହିଛି । ହାତୀ ଗୁମ୍ଫା ନିକଟରେ ବାରଭୁଜା ଦେବୀଙ୍କର ଏକ ମନ୍ଦିର ଅଛି।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ବଲାଙ୍ଗୀର ଜିଲ୍ଲାର ପାଟଣାଗଡ ଉପଖଣ୍ଡ ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ପର୍ବତର ପାଦଦେଶରେ ଥିବା ହରିଶଙ୍କର ଉଭୟ ଶୈବପୀଠ ଓ ପ୍ରାକୃତିକ ସୌନ୍ଦର୍ଯ୍ୟ ପାଇଁ ପ୍ରସିଦ୍ଧ । ଏହାର ଦୂରତା ସଦର ମହକୁମାରୁ ପ୍ରାୟ ୮୦ କି.ମି ହେବ । ଗନ୍ଧମାର୍ଦ୍ଦନ ପର୍ବତର ଉତ୍ତରାଞ୍ଚଳରେ ବରଗଡ଼ ଜିଲ୍ଲାର ପ୍ରସିଦ୍ଧ ନୃସିଂହନାଥ ମନ୍ଦିର ଥିବାବେଳେ ଦକ୍ଷିଣରେ ରହିଛି ହରିଶଙ୍କର । ଏହି ପୀଠରେ ହରି ଓ ଶଙ୍କର ଏକାଠି ପୂଜା ପାଉଥିବାରୁ ଏହି ପୀଠର ସ୍ଵତନ୍ତ୍ରତା ରହିଛି । ହରିଶଙ୍କର ମନ୍ଦିର ଏବଂ ନୃସିଂହନାଥ ମନ୍ଦିର ମଧ୍ୟରେ ଅବସ୍ଥିତ ମାଳଭୂମିରେ ବୌଦ୍ଧ ଧର୍ମାଲମ୍ବୀଙ୍କଦ୍ୱାରା ନିର୍ମାଣ କରାଯାଇଥିବା ଧ୍ୱସ୍ତବିଧ୍ୱସ୍ତ ଏକ ପ୍ରାଚୀନ ପରିମଳଗିରି ବିଶ୍ୱବିଦ୍ୟାଳୟ ରହିଛି ।
ଭାରତର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ
ଭାରତ ଏକ ସଂଗଠିତ ଗଣରାଜ୍ୟ ଏହା ଅଣତିରିଶିଟି ରାଜ୍ୟ ଓ ସାତଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭାଜିତ ହୋଇଛି । ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପୁନର୍ବାର ଜିଲ୍ଲା ଆଦିରେ ଉପବିଭାଜିତ ହୋଇଛନ୍ତି ।.
ଦଶହରା ଓଡ଼ିଶାରେ ପାଳିତ ଏକ ଗଣପର୍ବ । ଓଡ଼ିଶା ଭିନ୍ନ ବିଭିନ୍ନ ଭାରତୀୟ ରାଜ୍ୟରେ ଏହା ଦଶେରା, ନବରାତ୍ରି, ଦୁର୍ଗା ପୂଜା ନାମରେ ସମାନ ସମୟରେ ପାଳିତ । ଏହା ଆୟୁଧ ପୂଜା ବା ଅସ୍ତ୍ରପୂଜା ନାମରେ ଓଡ଼ିଶାରେ ଆଗରୁ ପାଳିତ ହେଉଥିଲା ଯାହା ପରେ ବଙ୍ଗରୁ ଆରମ୍ଭ ମାଟି ମୂର୍ତ୍ତି ନିର୍ମାଣ କରି ଦୁର୍ଗା ପୂଜା ଅଥବା ଉତ୍ତର ଭାରତରେ ପାଳିତ "ନବରାତ୍ରି" ସହିତ ପାଳିତ ହୋଇଆସୁଛି । ଦଶହରା ଅବସରରେ ଖଣ୍ଡା, ଢାଲ, ଲଙ୍ଗଳ ଲୁହା, କରଣୀ ଆଦି ବିଭିନ୍ନ ପାରମ୍ପାରିକ ଯନ୍ତ୍ର ଓ ଉପକରଣ ଆଦି ଏହି ଦିନ ପୂଜା କରାଯାଇଥାଏ । ଓଡ଼ିଶା ଏକ କୃଷିପ୍ରଧାନ ରାଜ୍ୟ ହୋଇଥିବାରୁ କୃଷିଭିତ୍ତିକ ଉପକରଣ ହଳ-ଲଙ୍ଗଳ, ଐତିହାସିକ ଯୁଦ୍ଧରେ ଅରି ପରାହତ ନିମନ୍ତେ ବ୍ୟବହାର ହୋଇଥିବାରୁ ଖଣ୍ଡା, ଢାଲ ଆଦି ଉପକରଣ ତଥା ନଥିକରଣରେ ମୁଖ୍ୟ ଭୂମିକା ନିଭାଇଥିବାରୁ କରଣୀ ଆଦି ଉପକରଣକୁ ଏହି ଦିନ ପୂଜା କରାଯାଇଥାଏ । ଏହା ଓଡ଼ିଶାର ବିଭିନ୍ନ ଜାତିର ଲୋକଙ୍କ କୌଳିକ ପେଷାର ଉପକରଣମାନଙ୍କ ପ୍ରତି ଅଙ୍ଗୀକାରବଦ୍ଧତାକୁ ଦର୍ଶାଇବା ନିମନ୍ତେ ପାଳିତ ହୋଇଥାଏ ।
ପ୍ରବହମାନ ଜଳର ଯାନ୍ତ୍ରିକ ଶକ୍ତି ବା ଗଚ୍ଛିତ ଜଳର ସ୍ଥିତିଜ ଶକ୍ତି ବିଦ୍ୟୁତ୍ ଶକ୍ତିରେ ରୂପାନ୍ତରିତ ହେଲେ ତାହାକୁ ଜଳ ବିଦ୍ୟୁତ୍ କୁହାଯାଏ । ଏକ ଆକଳନ ଅନୁସାରେ ୨୦୧୫ରେ ବିଶ୍ଵରେ ଉତ୍ପାଦିତ ସମସ୍ତ ବିଦ୍ୟୁତ୍ ଶକ୍ତିର ପ୍ରାୟ ୧୬.୬% ଏବଂ ନବୀକରଣୀୟ ଉତ୍ସରୁ ଜାତ ବିଦ୍ୟୁତ୍ ଶକ୍ତିର ପ୍ରାୟ ୭୦% ଅଂଶ ଜଳ ବିଦ୍ୟୁତରୁ ମିଳିଥାଏ । ଏହି ପରିମାଣ ପ୍ରତି ବର୍ଷ ହାରାହାରି ୩.୧% ହିସାବରେ ଏହା ଆଗାମୀ ୨୫ ବର୍ଷ ପର୍ଯ୍ୟନ୍ତ ବୃଦ୍ଧି ପାଇବ ବୋଲି ଅନୁମାନ କରାଯାଉଛି । ୨୦୧୩ର ଏକ ଗଣନା ଅନୁସାରେ ବିଶ୍ଵର ପ୍ରାୟ ୧୫୦ଟି ଦେଶରେ ଜଳ ବିଦ୍ୟୁତ୍ ଉତ୍ପାଦନ କରାଯାଏ । ସମଗ୍ର ଜଳ ବିଦ୍ୟୁତର ପ୍ରାୟ ୩୩% ଏସିଆର ପ୍ରଶାନ୍ତ ମହାସାଗର ତଟବର୍ତ୍ତୀ ଦେଶମାନଙ୍କରୁ ମିଳେ । ତନ୍ମଧ୍ୟରୁ ଜଳ-ବିଦ୍ୟୁତ୍ ଉତ୍ପାଦନରେ ଚୀନ୍ ପ୍ରଥମ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଗାଲିଲିଓଙ୍କ ଜନ୍ମ , ପିସାଠାରେ (ଫେବ୍ରୁୟାରୀ ୧୫ , ୧୫୬୪) ହେଇଥିଲା । (ଠିକ ସେହି ବର୍ଷ ୱିଲିୟମ ସେକ୍ସପିଅରଙ୍କ ମଧ୍ୟ ଜନ୍ମ ହୋଇଥିଲା) ଗାଲିଲିଓ ନିଜ ଛଅ ଭାଇ ଓ ଭଉଣୀଙ୍କ ଭିତରେ ବଡ ଥିଲେ । ଗାଲିଲିଓଙ୍କ ପିତା, ଭିନସେଞ୍ଜୋ ଗାଲିଲି (Vincenzo Galilei), ଇଟାଲୀର ପିସାଠାରେ ପଶମ ବ୍ୟବସାୟ କରୁଥିଲେ । ସମ୍ଭ୍ରାନ୍ତ ବଂଶରେ ଜନ୍ମ ହୋଇ ସୁଦ୍ଧା, ଆର୍ଥିକ ଅନଟନ ଯୋଗୁଁ ତାଙ୍କ ପିତା କୁଳ ଗୌରବ ରକ୍ଷାକରି ନପାରି ସଙ୍ଗୀତ ରଚନା କରି ପରିବାର ପରିପୋଷଣ କରୁଥାନ୍ତି । ଶେଷରେ ସେ ବ୍ୟବସାୟରେ ପଶିଲେ । ଗାଲିଲିଓ ସେତେବେଳେ ଛୋଟପିଲା ହୋଇଥିଲେ ମଧ୍ୟ ସଙ୍ଗୀତକୁ ଆଦରି ନେଲେ । ବଂଶୀ ବଜାଇ ଓ ଗୀତଗାଇ ସେ ସମସ୍ତଙ୍କୁ ମୁଗ୍ଧ କରି ଦେଉଥିଲେ । ସେ ଚିତ୍ର ଅଙ୍କିବାରେ ପାରଦର୍ଶୀ ଥିଲେ । ପିଲାଙ୍କ ପାଇଁ ଖେଳଣା ଓ କଣ୍ଢେଇ ମଧ୍ୟ ତିଆରି କରୁଥିଲେ । ଯିଏ ଦେଖୁଥିଲା ତାଙ୍କ ହାତର ପ୍ରଶଂସା ନକରି ରହିପାରୁନଥିଲା ।
ଆକ୍ୟୁଟ ଲିମ୍ଫୋବ୍ଲାସ୍ଟିକ ଲିଉକେମିଆ
ଆକ୍ୟୁଟ ଲିମ୍ଫୋବ୍ଲାସ୍ଟିକ ଲିଉକେମିଆ ବା ଏଏଲଏଲ ରକ୍ତର ଲିମ୍ଫୋଏଡ଼ ଲାଇନର (lymphoid line) ଏକ କର୍କଟ ରୋଗର ନାମ ଯେଉଁଥିରେ ବହୁତ ଗୁଡ଼ିଏ ଲିମ୍ଫୋବ୍ଲାସ୍ଟ (immature lymphocytes) ବା ଅବିକଶିତ ଲିମ୍ଫୋସାଇଟ ପ୍ରସ୍ତୁତ ହୋଇଥାଏ । ଏହି ରୋଗରେ ଥକା ଲାଗିବା, ମଳିନ ଚର୍ମ ରଙ୍ଗ, ଜ୍ୱର ହେବା, ସହଜରେ ରକ୍ତ ବାହାରିବା କିମ୍ବା ଖଣ୍ଡିଆ ହେଇଯିବା, ବର୍ଦ୍ଧିତ ଲିମ୍ଫ ନୋଡ (enlarged lymph nodes) କିମ୍ବା ହାଡ଼ରେ କଷ୍ଟ ହେବା ଇତ୍ୟାଦି ଲକ୍ଷଣ ଦେଖାଯାଏ ।.
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ଵରୂପରାଣୀ ଥିଲା । ସେ ସ୍ଵାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।