ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଦୁର୍ଗା ପୂଜା ଆଶ୍ଵିନ ମାସରେ ହିନ୍ଦୁମାନେ ପାଳନ କରୁଥିବା ଏକ ଉତ୍ସବ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନହେଲେ ସେତେବେଳେ ବ୍ରହ୍ମା, ଶ୍ରୀବିଷ୍ଣୁ ଓ ଶିବଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜଦ୍ଵାରା ଦୁର୍ଗାଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳଦ୍ଵାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଗଦ୍ଵାରା ଶିରଚ୍ଛେଦ କଲେ । ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଦୁର୍ଗା ପୂଜା ହିନ୍ଦୁଧର୍ମାବଲମ୍ବୀମାନଙ୍କର ତଥା ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହି ପର୍ବର ଶେଷ ଦିନଟିକୁ ଦଶହରା ବା ବିଜୟା ଦଶମୀ ନାମରେ ପରିଚିତ । ଦୁର୍ଗା ପୂଜା ଶକ୍ତି ଉପାସନାର ପର୍ବ । ଏହା ବିଭିନ୍ନ କୁଳାଚାର ମତେ ଷୋଳଦିନ, ନଅଦିନ ବା ତିନିଦିନ ଧରି ପାଳିତ ହୁଏ । ମୁଖ୍ୟତଃ ଶରତ ଋତୁର ଆଶ୍ଵିନ ଶୁକ୍ଲପକ୍ଷ ପ୍ରତିପଦ ଠାରୁ ନବମୀ ବିଶେଷଭାବେ ଦେବୀଙ୍କ ପୂଜନର ପ୍ରକୃଷ୍ଟ ସମୟ ହୋଇଥିଲେ ହେଁ ଚୈତ୍ର ଶୁକ୍ଲ ପକ୍ଷରେ ମଧ୍ୟ ଏହା ବାସନ୍ତୀ ନବରାତ୍ର ରୂପେ ପାଳନ କରାଯାଇଥାଏ । ଦେବୀ ପୁରାଣ ଓ କାଳିକା ପୁରାଣରେ ଦୁର୍ଗାପୂଜାକୁ ଶାରଦୀୟ ପାର୍ବଣ କୁହାଯାଉଥିବା ବେଳେ ମାର୍କଣ୍ଡେୟ ପୁରାଣରେ ବାର୍ଷିକୀ ଶାରଦ ପୂଜନ କୁହାଯାଏ । ଦେବୀ ଦୁର୍ଗା ଦୁଃଖନାଶିନୀ।ନବରାତ୍ରୀରେ ଦୁର୍ଗାଙ୍କୁ ଶ୍ରଦ୍ଧାର ସହ ପୂଜା କଲେ ଉପାସକ ନବଶକ୍ତି ପ୍ରାପ୍ତ ହେଇଥାନ୍ତି । ଶାରଦୀୟ ନବରାତ୍ରୀ କାଳରେ ବ୍ରହ୍ମାଣ୍ଡର ସମସ୍ତ ଗ୍ରହ ସକ୍ରିୟ ଥିବାରୁ ଶକ୍ତି ଉପାସକଙ୍କର କୈଣସି ଅନିଷ୍ଟ ହୁଏନାହିଁ । ଦୁର୍ଗାଙ୍କର ଏହି ନବଶକ୍ତି ଜାଗ୍ରତ କରିବା ପାଇଁ ନବାର୍ଣ୍ଣ ବା ନବାକ୍ଷରୀ ମନ୍ତ୍ର ଜପ କରିବା ପାଇଁ ପରାମର୍ଶ ଦିଆଯାଇଛି । ନବର ଅର୍ଥ ନଅ ଓ ଅର୍ଣର ଅର୍ଥ ଅକ୍ଷର । ନବାର୍ଣ୍ଣ ମନ୍ତ୍ରଟି ହେଉଛି - ଐଂ ହ୍ଲୀଂ କ୍ଲୀଂ ଚାମୁଣ୍ଡାୟୈ ବିଚ୍ଚେ।ଏହି ମନ୍ତ୍ରର ପ୍ରତ୍ୟେକ ଅକ୍ଷର ଦୁର୍ଗାଙ୍କ ଗୋଟିଏ ଗୋଟିଏ ଶକ୍ତିର ପରିଚାୟକ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ପଶ୍ଚିମ ଓଡ଼ିଶା ( ଇଂରାଜୀ : Western Odisha ) ଓଡ଼ିଶାର କଳାହାଣ୍ଡି ଜିଲ୍ଲାରୁ ଆରମ୍ଭ କରି ସୁନ୍ଦରଗଡ଼ ଜିଲ୍ଲା ପର୍ଯ୍ୟନ୍ତ ପରିବ୍ୟାପ୍ତ ଭୂଖଣ୍ଡକୁ ପଶ୍ଚିମ ଓଡ଼ିଶା କୁହା ଯାଏ । ଏହି ଅଞ୍ଚଳ ଭିତରେ ସମ୍ବଲପୁର ଜିଲ୍ଲା, ବଲାଙ୍ଗୀର , ବରଗଡ଼, ଦେବଗଡ଼ , ଝାରସୁଗୁଡା , କଳାହାଣ୍ଡି , ବୌଦ, ସୁନ୍ଦରଗଡ଼ ନୂଆପଡ଼ା ,ସୁବର୍ଣ୍ଣପୁର ଜିଲ୍ଲା ( ସୋନପୁର) ଜିଲ୍ଲା ସମୂହ ସହ ଅନୁଗୁଳ ଜିଲ୍ଲାର ଆଠମଲ୍ଲିକ ସବ ଡିଭିଜନ ଅନ୍ତର୍ଭୁକ୍ତ । ଏହାକୁ କୋଶଳ ଅଞ୍ଚଳ ବୋଲି କହାଯାଏ । ପଞ୍ଚମ ଶତାବ୍ଦୀ ପୂର୍ବରୁ ଏହି ଅଞ୍ଚଳ ଦକ୍ଷିଣ କୋଶଳ ନାମରେ ପରିଚିତ ଥିଲା ଏବଂ ଏହା ଏକ ବିଶାଳ ଭୌଗୋଳିକ ଅଞ୍ଚଳ ଥିଲା । ଏହା କୃଷିପ୍ରଧାନ ଅଞ୍ଚଳ ଭାବରେ ଏକ ସାଂସ୍କୃତିକ ସମନ୍ନ୍ୟୟ ପୂର୍ଣ ଅଞ୍ଚଳ ଥିଲା । ଏବେ କଳାହାଣ୍ଡି , କୋରାପୁଟ ଓ ବଲାଙ୍ଗିର ମରୁଡ଼ି ପ୍ରବଣ ଜିଲ୍ଲା ଭାବେ KBK ନାମରେ ଚିହ୍ନିତ ହେଇ ଅନେକ ବର୍ଷ ହେଲା କେନ୍ଦ୍ର ତଥା ରାଜ୍ୟ ସରକାରଙ୍କଦ୍ଵାରା ସ୍ଵତନ୍ତ୍ର ସାହାଯ୍ୟ ପ୍ରାପ୍ତ ହେଇଥିଲେ ମଧ୍ୟ ଖୁବ ଦରିଦ୍ର ଓ ଅନା ଟନ ଭିତରେ ଏହାର ଅଧିକାଂଶ ଅଧିବାସୀ ରହିଛନ୍ତି । ପୁଣି ପୁରା ପଶ୍ଚିମ ଓଡ଼ିଶାର ବିକାଶ ପାଇଁ ରାଜ୍ୟ ସରକାର ସ୍ଵତନ୍ତ୍ର 'ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ' ( WODC ) ଗଠନ କରିଛନ୍ତି ।
ମହାମାୟୀ ଦୁର୍ଗା ସମଗ୍ର ଦେବକୁଳର ସର୍ବୋତ୍ତମ ଅସ୍ତ୍ରଗୁଡିକର ଅଧିକାଅରିଣୀ । ସେ ମଧ୍ୟ ସେସବୁ ଅସ୍ତ୍ରର ପ୍ରୟୋଗକାରିଣୀ । ପଶୁରାଜ ସିଂହ ଦୁର୍ଗାଙ୍କ ବାହାନ । ତାଙ୍କ ଅଙ୍ଗଭୂଷଣ ତଥା ଅଙ୍ଗରକ୍ଷୀ ଭାବେ କାର୍ଯ୍ୟ କରୁଛନ୍ତି ବିଷଧର ନାଗକୁଳ । ମାର୍କଣ୍ଡେୟ ପୁରାଣ ଅନ୍ତର୍ଗତ ‘ଚଣ୍ଡୀ’ରେ କୁହାଯାଇଛି ଭଗବତୀ ଚଣ୍ଡିକା ମହାମାୟା ଏବଂ ସନାତନୀ ଦେବୀ ହେଇଥିଲେ ହେଁ ବିଶ୍ଵର କଲ୍ୟାଣ ପାଇଁ ସେ ବାରମ୍ବାର ଆବିର୍ଭୂତା ହୋଇଥାନ୍ତି । ପ୍ରତ୍ୟେକ ମନୁଷ୍ୟର ଶରୀରରେ ଆଦ୍ୟାଶକ୍ତି କୁଳକୁଣ୍ଡଳିନୀ ରୂପେ ବିରାଜିତା । ସୃଷ୍ଟିର ପ୍ରଥମ ଉଚ୍ଚାରଣ ମା’ । ସେ ଗର୍ଭଧାରିଣୀ ଲାଳନପାଳନ କର୍ତ୍ତ୍ରୀ ତଥା ତ୍ୟାଗ,ଦୟା,ଦୟା, କ୍ଷମା ଓ ମମତାର ପ୍ରତୀକାତ୍ମକ ରୂପ । ମା’ଙ୍କର ଉପାସନା ଇତିହାସର ବର୍ଗବନ୍ଧନୀଠାରୁ ମଧ୍ୟ ବହୁ ପୁରାତନ । ଆଦ୍ୟାଶକ୍ତି ଭାବେ ସେ ସର୍ବଶକ୍ତିମୟୀ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଶାର ପର୍ବପର୍ବାଣିଗୁଡିକ ଋତୁ, ଧର୍ମ ଓ ସାମାଜିକ ଭିତ୍ତିରେ ପାଳନ କରାଯାଏ । ତନ୍ମଧ୍ୟରୁ ଅନେକ ପର୍ବ କୃଷି ସମ୍ବନ୍ଧିୟ । ତୁଳା ମାସର ସଂକ୍ରାନ୍ତିରେ ପାଳିତ ହୁଏ ଗର୍ଭଣା ସଂକ୍ରାନ୍ତି । ଇଂରାଜୀ ମାସ ଅକ୍ଟୋବରରେ ପଡେ ଏହି ସଂକ୍ରାନ୍ତି । ଗର୍ଭ କହିଲେ ଭୃଣକୁ ବୁଝାଯାଏ । ଏହି ସଂକ୍ରାନ୍ତି ବେଳକୁ ଧାନଗଛର ଗର୍ଭରେ ଧାନ କେଣ୍ଡା ବାହାରେ । ଏହି ସମୟରେ ଗର୍ଭଣା ଗଛର ଡାଳକୁ ପୂଜା କରି କ୍ଷେତରେ ପୋତିଲେ ଭଲ ଫସଲ ହୁଏ ବୋଲି ପ୍ରବାଦ ରହିଛି । ଗର୍ଭଣା ଗଛକୁ କେତେକ ସ୍ଥାନରେ ଅଙ୍କରାନ୍ତି ଗଛ ମଧ୍ୟ କହନ୍ତି । ଏହାର ଅନେକ ଔଷଧୀୟ ଗୁଣ ରହିଛି । ଚାଷୀମାନେ ଏହିଦିନ ନିଷ୍ଠାର ସହିତ ପାଳନ କରନ୍ତି । ଗୃହମାଲିକ ତଥା କୃଷକ ସ୍ନାନାଦି କର୍ମ ସାରି ଗର୍ଭଣା ଗଛର ଡାଳ ଆଣି ବିଧିପୂର୍ବକ ପୂଜା କଲା ପରେ ଧାନ କ୍ଷେତରେ ପୋତି ଦିଅନ୍ତି ଏବଂ ଭଲ ଫସଲ ପାଇଁ ପ୍ରାର୍ଥନା କରନ୍ତି । ଗର୍ଭଣା ସଂକ୍ରାନ୍ତି ଉପରେ ଏକ କୃଷି ବଚନ ଅଛି -ଆଗେ ବୁଣୁ ପଛେ ବୁଣୁ, ଗର୍ଭଣାକୁ ଟୁଣୁଟୁଣୁ । ଅର୍ଥାତ ଏହି ସମୟକୁ ଧାନଗଛ ଗର୍ଭଧାରଣ କରିସାରିଥାଏ ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ନଅଦିନ ବ୍ୟାପି ହେଉଥିବା ଏହି ପୂଜାରେ ଶକ୍ତି ସ୍ୱରୂପିଣୀ ମା’ ଦୁର୍ଗାଙ୍କୁ ବିଭିନ୍ନ ରୂପରେ ପୂଜା କରାଯାଏ ଏହି ନବରାତ୍ରିର ପ୍ରଥମ ତିନିଦିନରେ ମା’ଙ୍କୁ ଦୁଷ୍ଟ ବିନାଶିନୀ ଦୁର୍ଗା ତଥା କାଳୀ ରୂପରେ ପୂଜା କରାଯାଏ । ମଝି ତିନିଦିନରେ ମା’ଙ୍କୁ ଧନଧାନ୍ୟ ତଥା ସମ୍ପଦର ଦେବୀ ଲକ୍ଷ୍ମୀଙ୍କ ରୂପରେ ପୂଜା କରାଯାଏ । ସେହିପରି ଶେଷ ତିନିଦିନରେ ମା’ ବିଦ୍ୟାଦାତ୍ରୀ ସରସ୍ୱତୀ ଭାବେ ପୂଜା ପାଇଥାନ୍ତି । ନବରାତ୍ରିର ଶେଷ ଦିନରେ ବିଜୟା ଦଶମୀ ପାଳିତ ହୋଇଥାଏ ।
ଓଡ଼ିଶାର ସାମୁଦ୍ରିକ ବାଣିଜ୍ୟର ଇତିହାସ
ଓଡ଼ିଶା ପ୍ରଚୀନ ସମୟରେ କଳିଙ୍ଗ ନାମରେ ଜଣାଶୁଣା ଥିଲା । କଳିଙ୍ଗବାସୀଙ୍କର ସାମୁଦ୍ରିକ ବାଣିଜ୍ୟ ଖ୍ରୀଷ୍ଟପୂର୍ବ ୩୫୦ ପୂର୍ବରୁ ଆରମ୍ଭ ହୋଇସାରିଥିଲା ବୋଲି କେତେକ ପ୍ରାଚୀନ ସୂତ୍ରରୁ ଜଣାପଡେ । ଏହି ଅଞ୍ଚଳର ବ୍ୟବସାୟୀ/ସାଧବମାନେ ବଙ୍ଗୋପସାଗର ପାରକରି ଦକ୍ଷିଣ-ପୂର୍ବ ଏସିଆ ଓ ଚୀନ ସହିତ ବ୍ୟବସାୟିକ ସମ୍ବନ୍ଧ ସ୍ଥାପନ କରି ପାରିଥିଲେ । ଦକ୍ଷିଣ-ପୂର୍ବ ଏସିଆର ଅନେକ ସ୍ଥାନରେ କଳିଙ୍ଗର ସଂସ୍କୃତିର ଛାପ ଦେଖିବାକୁ ମିଳେ । ଖ୍ରୀଷ୍ଟାବ୍ଦ ଷଷ୍ଠ ଶତାବ୍ଦୀରେ ରଚିତ ମଞ୍ଜୁଶ୍ରୀମୂଳକଳ୍ପରେ ବଙ୍ଗୋପସାଗରକୁ “କଳିଙ୍ଗ ସାଗର” ବୋଲି କୁହାଯାଇଛି । ଏହା ସେହି ସମୟର ସାମୁଦ୍ରିକ ବାଣିଜ୍ୟରେ କଳିଙ୍ଗର ଏକଛତ୍ର ପ୍ରଭାବର ସୂଚନା ଦିଏ । ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ପାଳିତ ହେଉଥିବା ବାଲି ଯାତ୍ରା, ବୋଇତ ବନ୍ଦାଣ ଏହି ମହାନ ଇତିହାସର ଜୀବନ୍ତ ସାକ୍ଷୀ ।
ବଲାଙ୍ଗୀର ଜିଲ୍ଲାର ପାଟଣାଗଡ ଉପଖଣ୍ଡ ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ପର୍ବତର ପାଦଦେଶରେ ଥିବା ହରିଶଙ୍କର ଉଭୟ ଶୈବପୀଠ ଓ ପ୍ରାକୃତିକ ସୌନ୍ଦର୍ଯ୍ୟ ପାଇଁ ପ୍ରସିଦ୍ଧ । ଏହାର ଦୂରତା ସଦର ମହକୁମାରୁ ପ୍ରାୟ ୮୦ କି.ମି ହେବ । ଗନ୍ଧମାର୍ଦ୍ଦନ ପର୍ବତର ଉତ୍ତରାଞ୍ଚଳରେ ବରଗଡ଼ ଜିଲ୍ଲାର ପ୍ରସିଦ୍ଧ ନୃସିଂହନାଥ ମନ୍ଦିର ଥିବାବେଳେ ଦକ୍ଷିଣରେ ରହିଛି ହରିଶଙ୍କର । ଏହି ପୀଠରେ ହରି ଓ ଶଙ୍କର ଏକାଠି ପୂଜା ପାଉଥିବାରୁ ଏହି ପୀଠର ସ୍ଵତନ୍ତ୍ରତା ରହିଛି । ହରିଶଙ୍କର ମନ୍ଦିର ଏବଂ ନୃସିଂହନାଥ ମନ୍ଦିର ମଧ୍ୟରେ ଅବସ୍ଥିତ ମାଳଭୂମିରେ ବୌଦ୍ଧ ଧର୍ମାଲମ୍ବୀଙ୍କଦ୍ୱାରା ନିର୍ମାଣ କରାଯାଇଥିବା ଧ୍ୱସ୍ତବିଧ୍ୱସ୍ତ ଏକ ପ୍ରାଚୀନ ପରିମଳଗିରି ବିଶ୍ୱବିଦ୍ୟାଳୟ ରହିଛି ।
ଦଶହରା ଓଡ଼ିଶାରେ ପାଳିତ ଏକ ଗଣପର୍ବ । ଓଡ଼ିଶା ଭିନ୍ନ ବିଭିନ୍ନ ଭାରତୀୟ ରାଜ୍ୟରେ ଏହା ଦଶେରା, ନବରାତ୍ରି, ଦୁର୍ଗା ପୂଜା ନାମରେ ସମାନ ସମୟରେ ପାଳିତ । ଏହା ଆୟୁଧ ପୂଜା ବା ଅସ୍ତ୍ରପୂଜା ନାମରେ ଓଡ଼ିଶାରେ ଆଗରୁ ପାଳିତ ହେଉଥିଲା ଯାହା ପରେ ବଙ୍ଗରୁ ଆରମ୍ଭ ମାଟି ମୂର୍ତ୍ତି ନିର୍ମାଣ କରି ଦୁର୍ଗା ପୂଜା ଅଥବା ଉତ୍ତର ଭାରତରେ ପାଳିତ "ନବରାତ୍ରି" ସହିତ ପାଳିତ ହୋଇଆସୁଛି । ଦଶହରା ଅବସରରେ ଖଣ୍ଡା, ଢାଲ, ଲଙ୍ଗଳ ଲୁହା, କରଣୀ ଆଦି ବିଭିନ୍ନ ପାରମ୍ପାରିକ ଯନ୍ତ୍ର ଓ ଉପକରଣ ଆଦି ଏହି ଦିନ ପୂଜା କରାଯାଇଥାଏ । ଓଡ଼ିଶା ଏକ କୃଷିପ୍ରଧାନ ରାଜ୍ୟ ହୋଇଥିବାରୁ କୃଷିଭିତ୍ତିକ ଉପକରଣ ହଳ-ଲଙ୍ଗଳ, ଐତିହାସିକ ଯୁଦ୍ଧରେ ଅରି ପରାହତ ନିମନ୍ତେ ବ୍ୟବହାର ହୋଇଥିବାରୁ ଖଣ୍ଡା, ଢାଲ ଆଦି ଉପକରଣ ତଥା ନଥିକରଣରେ ମୁଖ୍ୟ ଭୂମିକା ନିଭାଇଥିବାରୁ କରଣୀ ଆଦି ଉପକରଣକୁ ଏହି ଦିନ ପୂଜା କରାଯାଇଥାଏ । ଏହା ଓଡ଼ିଶାର ବିଭିନ୍ନ ଜାତିର ଲୋକଙ୍କ କୌଳିକ ପେଷାର ଉପକରଣମାନଙ୍କ ପ୍ରତି ଅଙ୍ଗୀକାରବଦ୍ଧତାକୁ ଦର୍ଶାଇବା ନିମନ୍ତେ ପାଳିତ ହୋଇଥାଏ ।
୧୯୩୬ ଅପ୍ରେଲ ୧ ତାରିଖ ଦିନ ଏକ ରାଜ୍ୟ ଭାବେ ନବଗଠିତ ହେବା ସ୍ମୃତିରେ ଅପ୍ରେଲ ମାସ ୧ ତାରିଖ ଦିନ ଉତ୍କଳ ଦିବସ (ଓଡ଼ିଶା ଦିବସ) ପାଳନ କରାଯାଇଥାଏ । ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ । ୧୫୬୮ରେ ଶେଷ ହିନ୍ଦୁ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ, ବ୍ରିଟିଶ ଶାସନରୁ ଅଲଗା ହୋଇ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ଆନ୍ଦୋଳନ ତେଜିଥିଲା । ପ୍ରଥମେ ଓଡ଼ିଶା ରାଜ୍ୟ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ଵର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ତିଆରି କରାଯାଇଥିଲା । ସାର ଅଷ୍ଟିନ ହବାକ ଓଡ଼ିଶାର ପହିଲା ରାଜ୍ୟପାଳ ଭାବରେ ଶପଥ ନେଇଥିଲେ । ୧୯୩୬ ମସିହା ଏପ୍ରିଲ ପହିଲା ଦିନ ଓଡ଼ିଶାକୁ ଏକ ସ୍ଵତନ୍ତ୍ର ରାଜ୍ୟର ମାନ୍ୟତା ମିଳିଲା। ୧୯୯୨ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁନର୍ବିଭାଜନ କରି ୩୦ଟି ଜିଲ୍ଲାରେ ଭାଗ କରାଗଲା । ପ୍ରତି ବର୍ଷ ଏପ୍ରିଲ ପହିଲା ଦିନଟିକୁ ଓଡ଼ିଶା ଦିବସ ରୂପେ ପାଳନ କରା ଯାଇ ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର କର୍ଣ୍ଣଧାରମାନଙ୍କୁ ସମ୍ମାନ ଅର୍ପଣ କରାଯାଏ । , ଏବେ ଓଡ଼ିଶାରେ ୩୦ଟି ଜିଲ୍ଲା ରହିଛି ।
ଚିଲିକା ଓଡ଼ିଶାର ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ବ୍ୟାପିଥିବା ଏକ ଲବଣାକ୍ତ ହ୍ରଦ । ଏହା ଓଡ଼ିଶାର ସବୁଠୁ ବଡ଼ ହ୍ରଦ । ଅଂଶୁପା ଓ ସର ମଧୁରଜଳ ହ୍ରଦ ହୋଇଥିବା ବେଳେ ଚିଲିକା ହେଉଛି ଲବଣାକ୍ତ ଜଳ ( Brackish Water) ହ୍ରଦ। ଏଠାରେ ଥିବା ନଳବଣ ବିଦେଶୀ ପକ୍ଷୀମାନଙ୍କ ଶୀତକାଳୀନ ବାସସ୍ଥାନ । ଚିଲିକାରେ ଶୀତଦିନ ବିତାଇବା ପାଇଁ ଏମାନେ ହଜାର ହଜାର ମାଇଲ ଉଡ଼ି ସୁଦୂର ଉତ୍ତର ଗୋଲାର୍ଦ୍ଧ ଓ ସାଇବେରିଆ ଅଞ୍ଚଳରୁ ଆସନ୍ତି । ଏଠାରେ ଥିବା ପରିକୁଦ ଓ ମାଲୁଦ ଦ୍ଵୀପରେ ଥିବା ମନ୍ଦିର ପର୍ଯ୍ୟଟକମାନଙ୍କ ପାଇଁ ଅନ୍ୟତମ ଆକର୍ଷଣ । ପ୍ରକୃତିର ବିବିଧତା ଏଠାରେ ଫୁଟିକରି ଦେଖାଯାଏ । ବିଭିନ୍ନ ପ୍ରକାରର ପକ୍ଷୀ, ସାମୁଦ୍ରିକ ପ୍ରାଣୀ, ଉଦ୍ଭିଦମାନଙ୍କର ଏହା ଗନ୍ତାଘର ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ଵର ବିଭିନ୍ନ ସ୍ଥାନରୁ ସ୍ଵେଚ୍ଛାସେବକ ମାନଙ୍କ ଅବଦାନଦ୍ଵାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ଵର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ବରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ଵାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ବାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ଵର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଦୁର୍ଗମଛେଦିନୀ, ଦୁର୍ଗତିନାଶିନୀ, ଶକ୍ତି ସ୍ୱରୂପିଣୀ, ତ୍ରିଶୂଳଧାରିଣୀ, ବଳଦାୟିନୀ, ମହିଷମର୍ଦ୍ଦିନୀ, ଚଣ୍ଡମୁଣ୍ଡ ବିନାଶିନୀ ମା’ ଦୁର୍ଗା ହେଉଛନ୍ତି ସମସ୍ତ ଶକ୍ତିର ଅଧିଷ୍ଠାତ୍ରୀ ଦେବୀ । ମା’ ଦୁର୍ଗା ହେଉଛନ୍ତି ମୋକ୍ଷଦାତ୍ରୀ, ମଙ୍ଗଳମୟୀ । ମା’ ଦୁର୍ଗାଙ୍କୁ ଉପାସନା କଲେ ମଣିଷ ଧର୍ମ – ଅର୍ଥ – କାମ – ମୋକ୍ଷ ଚତୁର୍ବର୍ଗର ଫଳପ୍ରାପ୍ତି କରିଥାଏ । ଦୁର୍ଗାସାଧନାର ପ୍ରାପ୍ତିଫଳ ଅସୀମ ଏବଂ ଅନନ୍ତ । ଏକଦା ଦେବତାମାନେ ମାତାଦୁର୍ଗାଙ୍କୁ ଷୋଡଶ ଉପଚାରରେ ପୂଜା କଲେ । ଦେବତାମାନଙ୍କ ପୂଜାରେ ସନ୍ତୁଷ୍ଟ ହୋଇ ଦୁର୍ଗତିନାଶିନୀ ଦୁର୍ଗା କହିଲେ – “ ହେ ଦେବଗଣ, ମୁଁ ତୁମ୍ଭମାନଙ୍କ ପୂଜାରେ ସନ୍ତୁଷ୍ଟ । ମୁଁ ତୁମ୍ଭମାନଙ୍କୁ ଏକ ଦୁର୍ଲଭବସ୍ତୁ ପ୍ରଦାନ କରିବି “ । ଦୁର୍ଗାଙ୍କ କଥା ଶୁଣି ଦେବତାମାନେ କହିଲେ – “ ହେ ମା’ ଦୁର୍ଗା ଆପଣ ଆମ୍ଭମାନଙ୍କର ଶତ୍ରୁ ମହିଷାସୁର, ଚଣ୍ଡମଣ୍ଡ ଓ ଶୁମ୍ଭନିଶୁମ୍ଭ ଆଦି ଦାନବମାନଙ୍କୁ ସଂହାର କରିଛନ୍ତି । ଆପଣ ଭକ୍ତମାନଙ୍କ ପାଇଁ କଳ୍ପବୃକ୍ଷ ଅଟନ୍ତି । ଆମ୍ଭେମାନେ ଆପଣଙ୍କର ଶରଣାପନ୍ନ । ଆପଣ ସଂକଟରେ ପଡ଼ିଥିବା ଭକ୍ତମାନଙ୍କୁ କିପରି ରକ୍ଷା କରନ୍ତି ସେହି କଥା ଆମ୍ଭ ନିକଟରେ ପ୍ରକାଶ କରନ୍ତୁ । ଦେବତାମାନଙ୍କର ପ୍ରାର୍ଥନା ଶୁଣି ଦୁର୍ଗାଦେବୀ କହିଲେ – ହେ ଦେବଗଣ, ମୁଁ ଯେଉଁ କଥା ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରିବାକୁ ଯାଉଛି ତହ ଅତ୍ୟନ୍ତ ଦୁର୍ଲଭ ଅଟେ । ମୋର ବତିଶିଟି ନାମମାଳା ସମସ୍ତ ବିପଦକୁ ବିନାଶ କରି ଭକ୍ତର ସଂକଟମୋଚନ କରିଥାଏ । ତ୍ରିଭୁବନରେ ଏପରି ଦୁର୍ଲଭ ସ୍ତୁତି କିଛି ନାହିଁ । ଏହା ଖୁବ୍ ଗୋପନୀୟ । ଏହିସ୍ତୁତି ମନଦେଇ ଶ୍ରବଣ କର । ଏହି ସ୍ତୁତିଟି ହେଲା –
"ମି ଠୁ" (Me too କିମ୍ବା "#metoo) ୨୦୧୭ ମସିହାରେ ଯୌନ ଶୋଷଣ ଓ ଉତ୍ପୀଡ଼ନ ବିରୋଧରେ ସୋସିଆଲ ମିଡ଼ିଆରେ ଏକ ଦ୍ୱିଶବ୍ଦବିଶିଷ୍ଟ ହ୍ୟାସଟ୍ୟାଗରେ ପରିଣତ ହେଲା । ହାର୍ଭି ଉଇନଷ୍ଟାଇନଙ୍କ ବିରୋଧରେ ଉଠିଥିବା ଯୌନ ଅପବ୍ୟବହାର ଅଭିଯୋଗର ଉତ୍ତର ଭାବେ ଏହା ଆରମ୍ଭ ହୋଇଥିଲା । ଏହି ଖଣ୍ଡବାକ୍ୟ ଅକ୍ଟୋବର ୧୫ ତାରିଖ ସୁଦ୍ଧା ୨୦୦,୦୦୦ ଥର ବ୍ୟବହାର ହୋଇସାରିଥିଲା ଓ ଅକ୍ଟୋବର ୧୬ ତାରିଖ ସୁଦ୍ଧା ୫୦୦,୦୦୦ ଥର ବ୍ୟବହାର ହୋଇସାରିଥିଲା । ହ୍ୟାସଟ୍ୟାଗଟି ଫେସବୁକରେ ୬୦୦,୦୦୦ ଥର ବ୍ୟବହାର ହୋଇ ଯୌନ ଶୋଷଣ ଓ ଉତ୍ପୀଡ଼ନ ବାବଦରେ ୬ ମିଲିଅନ ଆଲୋଚନା ପାଇଁ ବାଟ ତିଆରି କରିଥିଲା । ଉକ୍ତ ଅସୁବିଧାର ହାର ଓ ସର୍ବବ୍ୟାପୀତା ବାବଦରେ ସଚେତନତା ସୃଷ୍ଟି କରିବା ପାଇଁ ଆଲିସିଆ ମିଲାନୋ ଏହି ଶବ୍ଦକୁ ଏକ ଅଭିଯାନ ଭାବେ ବ୍ୟବହାର କରିବା ପାଇଁ ଉତ୍ସାହୀତ କରିଥିଲେ । ଅନେକ ଜଣାଶୁଣା ବ୍ୟକ୍ତିତ୍ୱ ଏଥିରେ ଯୋଗଦେଇଥିଲେ । ସେମାନେ ହେଲେ:
ଶବରୀମାଳା ମନ୍ଦିର ମାମଲା ରେ ଉତ୍ତତମ ନ୍ୟାୟାଳୟଙ୍କ ଫଇସଲା ଫଳରେ କେରଳ ସ୍ଥିତ ଶବରୀମାଳା ମନ୍ଦିର ମଧ୍ୟରେ ୧୦ ରୁ ୫୦ ବର୍ଷ ଆୟୁର ମହିଳାମାନଙ୍କ ପ୍ରବେଶ ପାଇଁ ବହୁ ଦିନରୁ ପ୍ରଚଳିତ ନିଷେଧାଦେଶ ଉଚ୍ଛେଦ ହୋଇଯାଇଛି । ଉଚ୍ଚତମ ନ୍ୟାୟାଳୟର ଏକ ପାଞ୍ଚଜଣିଆ ସାମ୍ବିଧାନିକ ଖଣ୍ଡପୀଠର ଏହି ଫସଲା ଫଳରେ ଏଣିକି ସବୁ ଆୟୁର ମହିଳାମାନେ ମନ୍ଦିର ମଧ୍ୟରେ ପ୍ରବେଶ କରିପାରିବ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
ବାଲୁଙ୍କେଶ୍ୱର ମନ୍ଦିର ଓଡ଼ିଶାର ଯାଜପୁର ଜିଲ୍ଲାର ଥିବା କଷବା-ଷାଠିବାଟିରେ ଅବସ୍ଥିତ ଏକ ପୁରାତନ ଶିବ ମନ୍ଦିର । ଏଠାରେ ବାଲୁଙ୍କେଶ୍ୱର ପୂଜା ପାଇଥାନ୍ତି । ଆଗରୁ କଷବା ଓ ଷାଠିବାଟିରେ ବହୁଥିବା ଜୁଣେଇ ନଦୀର ଶୁଖିଲା ଶଯ୍ୟାରେ ଏହି ମନ୍ଦିରଟି ସ୍ଥାପନ ହୋଇଥିଲା । ଏହା ଏକାଦଶ ଶତାବ୍ଦୀରେ ସ୍ଥାପିତ ହୋଇଥିଲା । ଯାଜପୁରର କଇଆଁଗୋଲା ରାସ୍ତାର ମଙ୍ଗଳପୁରଠାରୁ ବଡକୁଆଁଲ ରାସ୍ତାରେ ୧.୫ କି.ମି.ଗଲେ ଥାଲକୁଡ଼ି ପଞ୍ଚାୟତର କଷବା ଏବଂ ପାଲଟପୁର ପଞ୍ଚାୟତର ଷାଠିବାଟିରେ ବାଲୁଙ୍କେଶ୍ୱର ମନ୍ଦିର ରହିଛି ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ଵରୂପରାଣୀ ଥିଲା । ସେ ସ୍ଵାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ଉଦୟଗିରି ଓ ଖଣ୍ଡଗିରି ଗୁମ୍ଫା ଅଧା ପ୍ରକୃତିକ ଓ ଅଧା ମଣିଷଦ୍ୱାରା ତିଆରି ଯାହାର ଐତିହାସିକ, ପୁରାତନ ତତ୍ତ୍ଵ ଓ ଧାର୍ମିକ ଗୁରୁତ୍ତ୍ଵ ରହିଛି । ଏହା ଓଡ଼ିଶାର ଭୁବନେଶ୍ଵରଠାରେ ଅବସ୍ଥିତ । ଗୁମ୍ଫାଗୁଡିକ ଦୁଇଟି ପାହାଡ଼ ଉଦୟଗିରି ଓ ଖଣ୍ଡଗିରିରେ ରହିଛି ଯାହା ହାତୀଗୁମ୍ଫାର ଶିଳାଲେଖରେ କୁମାରୀ ପର୍ବତ ନାମରେ ମଧ୍ୟ ଜଣା ଓ ଏହି ଦୁଇ ପାହାଡ଼ ଉଭୟଙ୍କ ଆଡକୁ ମୁଁହାଇ ରାସ୍ତାର ଦୁଇ ପାଖରେ ଅଛନ୍ତି ।ଖଣ୍ଡଗିରିରେ ୧୫ଟି ଗୁମ୍ଫା ଥିବାବେଳେ ଉଦୟଗିରିରେ ୧୮ଟି ଗୁମ୍ଫା ରହିଛି । ହାତୀ ଗୁମ୍ଫା ନିକଟରେ ବାରଭୁଜା ଦେବୀଙ୍କର ଏକ ମନ୍ଦିର ଅଛି।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
Eumetazoa ଜାଞ୍ଜିବର କଲରାପତ୍ରିଆ ବାଘ (ଈଂରାଜୀରେ Zanzibar leopard) ଏକ ପ୍ରଜାତିର ଆଫ୍ରିକୀୟ କଲରାପତରିଆ ବାଘ । ଆଫ୍ରିକାର ତାଞ୍ଜାନିଆ ଦେଶ ନିକଟରେ ଥିବା ଜାଞ୍ଜିବର ତ୍ରିକୋଣଭୂମିସ୍ଥିତ ଦ୍ଵୀପପୁଞ୍ଜର ଉଙ୍ଗୁଜା ଦ୍ଵୀପରେ ଏହି ଜୀବ ଦେଖାଯାଏ । ଏହି କଲରାପତ୍ରିଆ ବାଘ ଉଙ୍ଗୁଜା ଦ୍ଵୀପର ସର୍ବବୃହତ ମାଂସଭୋଜୀ ଜୀବ ଏବଂ ଖାଦ୍ୟ ଶୃଙ୍ଖଳର ଶୀର୍ଷତମ ଜୀବ । ସ୍ଥାନୀୟ ଶିକାରୀମାନଙ୍କ ଉପଦ୍ରବ ଯୋଗୁଁ ୨୦୦୮ ମସିହା ବେଳକୁ ଏହି ଜୀବ ସମ୍ପୂର୍ଣ୍ଣ ବିଲୋପ ପାଇଯାଇଥିଲା ବୋଲି ଆଶଙ୍କା କରାଯାଉଥିଲା । ବିଂଶ ଶତାବ୍ଦୀରେ ସହରୀକରଣ ଫଳରେ ମନୁଷ୍ୟ ଓ କଲରାପତରିଆ ବାଘ ଅନେକ ସମୟରେ ମୁହାଁମୁହିଁ ହେବା ଭଳି ପରିସ୍ଥିତି ଉପୁଜୁଥିଲା ଓ ଏହି ଜୀବଙ୍କୁ ହିଂସ୍ର ଓ କ୍ରୁର ବୋଲି ବିବେଚନା କରାଯାଇ ବହୁ ସଂଖ୍ୟାରେ ଶିକାର କରାଗଲା । ୧୯୯୦ ଦଶନ୍ଧିର ମଧ୍ୟଭାଗରେ ଏହି ପ୍ରଜାତିର ସଂରକ୍ଷଣ ପାଇଁ ଏକ ପ୍ରକଳ୍ପ ଆରମ୍ଭ ହୋଇଥିଲା କିନ୍ତୁ ବନ୍ୟପ୍ରାଣୀ ଗବେଷକମାନେ ଏହି କଲରାପତ୍ରିଆ ଉପ-ପ୍ରଜାତିର ପୁନରୁଦ୍ଧାରକୁ ନେଇ ବିଶେଷ ଆଶାବାଦୀ ନଥିବାରୁ ପ୍ରକଳ୍ପକୁ ବନ୍ଦ କରିଦିଆଗଲା । କିନ୍ତୁ ୨୦୧୮ ମସିହାରେ କ୍ୟାମେରା ଟ୍ରାପ୍ର ବ୍ୟବହାର କରି କରାଯାଇଥିବା ଏକ ସର୍ବେକ୍ଷଣରେ ସମାନ ପ୍ରକାରର ଏକ କଲରାପତ୍ରିଆ ବାଘର ଚିତ୍ର ଦେଖାଯାଇଥିବାରୁ ଏହି କଲରାପତରିଆ ବାଘର ସ୍ଥିତି ଓ ସଂରକ୍ଷଣକୁ ନେଇ ନୂଆ ଆଶା ଜାଗି ଉଠିଥିଲା, ତେବେ ଏହି ଉପ-ପ୍ରଜାତି ବିଷୟରେ କୌଣସି ବିଶେଷ ତଥ୍ୟ ହସ୍ତଗତ ହୋଇପାରିନାହିଁ ।ରେଜିନାଲ୍ଡ୍ ଇନ୍ନେସ୍ ପୋକକ୍ ଜାଞ୍ଜିବର କଲରାପତ୍ରିଆ ବାଘକୁ କଲରାପତରିଆର ଏକ ଉପ-ପ୍ରଜାତି ବୋଲି ଗଣନା କରି ଏହାକୁ ୧୯୩୨ ମସିହାରେ ପ୍ୟାନ୍ଥେରା ପାର୍ଡସ୍ ଆଡେର୍ସି (Panthera pardus adersi) ବୋଲି ନାମିତ କରିଥିଲେ । ୧୯୯୬ ମସିହାରେ ଏହି ଜୀବକୁ ପୁଣି ପ୍ୟାନ୍ଥେରା ପାର୍ଡସ୍ ପାର୍ଡସ୍ ଶ୍ରେଣୀରେ ଅବସ୍ଥାପିତ କରାଗଲା ।
ଭାରତର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ
ଭାରତ ଏକ ସଂଗଠିତ ଗଣରାଜ୍ୟ ଏହା ଅଣତିରିଶିଟି ରାଜ୍ୟ ଓ ସାତଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭାଜିତ ହୋଇଛି । ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପୁନର୍ବାର ଜିଲ୍ଲା ଆଦିରେ ଉପବିଭାଜିତ ହୋଇଛନ୍ତି ।.
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଇରା ମହାନ୍ତି ଓଡ଼ିଶାର ଭୁବନେଶ୍ୱରଠାରେ ଜନ୍ମିତ ଜଣେ ଓଡ଼ିଆ ପ୍ରଚ୍ଛଦପଟ ଗାୟିକା । ଇରା ମହାନ୍ତିଙ୍କ ଭଲ ନାମ ହେଉଛି ମଧୁମିତା ମହାନ୍ତି । ବାପା ଜିେତନ୍ଦ୍ର ମହାନ୍ତି ଓ ମାତା କଳ୍ପନା ମହାନ୍ତି । ବେଶ୍ ଛୋଟ ବୟସରୁ ଗୀତ ଗାଇବା ଆରମ୍ଭ କରିଥିଲେ । ମେଲୋଡି ମଞ୍ଚରୁ ଆରମ୍ଭ କରିଥିଲେ ଗୀତ ଗାଇବା । ପରେ ସେ ଚଳଚ୍ଚିତ୍ରରେ ଗୀତ ଗାଇଥିଲେ । ସମସ୍ତଙ୍କ ପାଖରେ ସେ ମେଲୋଡ଼ି କୁଇନ୍ ଭାବେର ବେଶ୍ ଜଣାଶୁଣା । ଏହା ଛଡ଼ା ସେ ଓଡ଼ିଶାର ବୁଲ୍ବୁଲ୍ ବୋଲି ମଧ୍ୟ ପ୍ରସିଦ୍ଧ । ଏବେ ସଂଗୀତ ସହ ସକ୍ରୀୟ ରହିବା ସହ ସଂଗୀତ ସାଧନା ଜାରି ରଖିଛନ୍ତି ।
ପଞ୍ଚଲିଙ୍ଗେଶ୍ଵର ଶିବ ମନ୍ଦିର ଓଡ଼ିଶାର ବାଲେଶ୍ଵର ଜିଲାର ନୀଳଗିରି ପାଖରେ ଥିବା ପଞ୍ଚଲିଙ୍ଗେଶ୍ଵରରେ ଅବସ୍ଥିତ । ଏହି ଲିଙ୍ଗଗୁଡ଼ିକର ଦର୍ଶନ କରିବା ପାଇଁ ଜଣକୁ ପାହାଡ଼଼ି ଚଟାଣ ଭିତରେ ବହିଯାଇଥିବା ଝରଣା ପାଣି ଦେଇ ହାତରେ ଛୁଇଁ ଜାଣିବାକୁ ପଡ଼ିବ । ଏଠାରେ ପାହାଡ଼଼ୀ ଝରଣା ଭିତରେ ପାଞ୍ଚୋଟି ଶିବଲିଙ୍ଗ ପୂଜାପାଉଛନ୍ତି ଯାହାଙ୍କ ନାମ ଅନୁସାରେ ଏହି ଜାଗାର ନାମ ପଞ୍ଚଲିଙ୍ଗେଶ୍ଵର ହୋଇଅଛି ।ବାଲେଶ୍ୱର ସମୁଦ୍ର ଉପକୂଳରେ ବଙ୍ଗୋପସାଗରର ବେଳାଭୂମିକୁ ସାମନ୍ତରାଳଭାବରେ କୁପାରୀ ଠାରୁ ନୀଳଗିରି ପର୍ଯ୍ୟନ୍ତ ପୂର୍ବଘାଟ ପର୍ବତମାଳା ଲମ୍ବିଆସିଛି । ୧୦୦୦ ଫୁଟ ଛୋଟ ଛୋଟ ପାହାଡ଼ "ଦେବଗିରି" ପର୍ବତମାଳାର ପଞ୍ଚେଲିଙ୍ଗେଶ୍ୱର ଏକ ଅଂଶ ବିଶେଷ । ଏହି ଶୈବପୀଠର ପାଦଦେଶରେ ଝରଣାଟିଏ ବହିଯାଇଛି । ଏହି ଜଳସ୍ରୋତ ମଧ୍ୟରେ ଅଦୃଶ୍ୟ ପାଞ୍ଚଗୋଟି ଲିଙ୍ଗ ହେଉଛନ୍ତି ପଞ୍ଚେଲିଙ୍ଗେଶ୍ୱର ପୀଠ । ଭକ୍ତମାନେ ଜଳସ୍ରୋତ ମଧ୍ୟରେ ପଞ୍ଚେଲିଙ୍ଗେଶ୍ୱରଙ୍କୁ ଦର୍ଶନ କରି ପୂଜାକରନ୍ତି । ପ୍ରସ୍ତର ଉପରେ ବସି ପୁଜକ ଶିବଲିଙ୍ଗ ପୂଜା କରିଥାନ୍ତି । ରାଜ୍ୟ ପର୍ଯ୍ୟଟନ ତରଫରୁ ଯାତ୍ରୀନିବାସର ଆନୁସାଙ୍ଗିକ ବ୍ୟବସ୍ଥା ମଧ୍ୟ ରହିଛି । ସରସ୍ୱତୀ ପୂଜା ସମୟରେ ପାଞ୍ଚ ଦିନ ବ୍ୟାପୀ ମେଳା ହୁଏ । ବହୁ ଲୋକ ଏଠାକୁ ଆସି ଦେବଦର୍ଶନ କରିଥାନ୍ତି ଓ ମନୋହାରୀ ଜିନିଷ କିଣିଥାନ୍ତି । ଦେବଗିରି ପର୍ବତର ଶିଖର ଦେଶରେ ମଣ୍ଡଳେଶ୍ୱରୀ ଦେବୀସ୍ଥାନ ରହିନ୍ତି । ଏହାଙ୍କୁ ବର୍ଷାଦେବୀ ମଧ୍ୟ କହାଯାଏ । ବର୍ଷା ନହେଲେ ଦେବୀଙ୍କୁ ପୂଜାକଲେ ବର୍ଷା ହୋଇଥାଏ ବୋଲି ଲୋକବିଶ୍ୱାସ ରହିଛି । ଦେବଗିରି ପର୍ବତମାଳା ପରିବେଷ୍ଟିତ ପର୍ବତର ଶୀର୍ଷଦେଶରୁ ମଙ୍ଗଳପୁର ପ୍ରାଚୀନ ପଥ ଓ ଦୁର୍ଗପର୍ଯ୍ୟନ୍ତ ଏକ ସୁଡ଼ଙ୍ଗ ରହିଛି । ଜନଶୃତି ଅଛି ଯେ ପଞ୍ଚଲିଙ୍ଗେଶ୍ୱର ପାହାଡ଼ର ପାଦଦେଶରୁ ଏହି ସୁଡଙ୍ଗ ରହିଛି ।
କୁମାର ପୂର୍ଣ୍ଣିମା ଓଡ଼ିଶାର ଏକ ବିଶେଷ ପର୍ବ । ଏହା କୁମାରୋତ୍ସବ ବା କୋଜାଗର ପୂର୍ଣ୍ଣିମା ନାମରେ ମଧ୍ୟ ଜଣାଶୁଣା । ଆଶ୍ୱିନ ମାସ ପୂର୍ଣ୍ଣିମା ତିଥିରେ ଏହି ପର୍ବଟି ପାଳିତ ହୁଏ । ଏହି ପୂର୍ଣ୍ଣିମା ଶରତ ଋତୁରେ ପଡ଼ୁଥିବାରୁ କେତେକ ସ୍ଥାନରେ ଏହାକୁ ଶରତ ପୂର୍ଣ୍ଣିମା ମଧ୍ୟ କୁହାଯାଏ । ଏହିଦିନ ଜଗନ୍ମାତା ମା’ ଲକ୍ଷ୍ମୀ ଦେବୀଙ୍କର ଆରାଧନା କରାଯାଉଥିବାରୁ ଏହାକୁ ଗଜଲକ୍ଷ୍ମୀ ପୂଜା ବା କୋଜାଗାର ଲକ୍ଷ୍ମୀ ପୂଜା ମଧ୍ୟ କୁହାଯାଏ । ଏହି ଦିନ ଓଡ଼ିଶାବାସୀ ତୁଳସୀ ଚଉରା, ଗଜଲକ୍ଷ୍ମୀ, ଚନ୍ଦ୍ର, ସୂର୍ଯ୍ୟ ଓ କାର୍ତ୍ତିକଙ୍କର ପୂଜା ଆରାଧନା କରି ନିଜର ସୁଖ, ସୌଭାଗ୍ୟ, ଯଶ, ଧନ ଓ ପୌରୁଷ କାମନା କରିଥାନ୍ତି । ଓଡ଼ିଶାରେ ଏହି ପର୍ବ ସାଧାରଣତଃ କୁମାରୀ କନ୍ୟାମାନେ କାର୍ତ୍ତିକେୟଙ୍କ ଭଳି ସୁନ୍ଦର ଜୀବନସାଥୀ ପାଇବା ପାଇଁ କରିଥାନ୍ତି । ତେବେ ମହାରାଷ୍ଟ୍ର, ପଶ୍ଚିମ ବଙ୍ଗ, ଗୁଜରାଟ ଭଳି ଭାରତର ଅନ୍ୟାନ୍ୟ ରାଜ୍ୟରେ ସ୍ତ୍ରୀ ପୁରୁଷ ନିର୍ବିଶେଷରେ ସମସ୍ତେ ଏହି ପର୍ବକୁ ପାଳନ କରିଥାନ୍ତି । ଏହି ଦିନ ଚନ୍ଦ୍ର ପୃଥିବୀର ନିକଟତମ ସ୍ଥିତିରେ ଥାଏ ଏବଂ ଚନ୍ଦ୍ର କିରଣ ମଣିଷର ସ୍ୱାସ୍ଥ୍ୟ ଓ ଚିନ୍ତାଧାରା ଉପରେ ସକରାତ୍ମକ ପ୍ରଭାବ ପକାଇଥାଏ ବୋଲି ବିଶ୍ୱାସ ରହିଛି । ତେଣୁ ଏହି ଦିନଟିକୁ ଭାରତର ବିଭିନ୍ନ ପ୍ରାନ୍ତରେ ଖୁବ୍ ଆଡ଼ମ୍ବର ସହକାରେ ପାଳନ କରାଯାଇଥାଏ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ମଧୁମେହ (ଇଂରାଜୀରେ Diabetes mellitus, ସଂକ୍ଷେପରେ DM, ଡାଏବେଟିସ ନାମରେ ପରିଚିତ) ରୋଗ ମେଟାବୋଲିକ ରୋଗମାନଙ୍କ ଏକ ଦଳକୁ ନିର୍ଦ୍ଦେଶ କରାଏ ଯେଉଁଥିରେ ରକ୍ତଶର୍କରା ସ୍ତର ଉଚ୍ଚ ଥାଏ ଅନେକ ଦିନ ପର୍ଯ୍ୟନ୍ତ । ଉଚ୍ଚ ସ୍ତରର ରକ୍ତଶର୍କରା ଥିବାର ଲକ୍ଷଣମାନ: ପଲିୟୁରିଆ ବା ଘନ ଘନ ପରିସ୍ରା ହୁଏ, ପଲିଡିପ୍ସିଆ ବା ଅଧିକ ଶୋଷ ହୁଏ ଓ ପଲିଫେଜିଆ ବା ଅଧିକ ଭୋକ ହୁଏ । ଚିକିତ୍ସିତ ନ ହେଲେ ଏହି ରୋଗର ଅନେକ ଜଟିଳତା ସୃଷ୍ଟି ହୁଏ । ସେଗୁଡ଼ିକ ନାମ - ଡାଏବେଟିକ କିଟୋଏସିଡୋସିସ ଓ ନନ୍କିଟୋଟିକ ହାଇପରଅସମୋଲାର କୋମା ବା ସାଧାରଣରେ ପରିଚିତ କୋମା । ସାଂଘାତିକ ଦୀର୍ଘକାଳୀନ ଜଟିଳତା ଗୁଡ଼ିକର ନାମ - ହୃତ୍ପିଣ୍ଡରକ୍ତନଳୀ ରୋଗ, ସ୍ଟ୍ରୋକ୍, ବୃକ୍କ ଫେଲ୍, ପାଦ ଘାଆ ଓ ଡାଏବେଟିସ ଜନିତ ରେଟିନୋପାଥି ଅଗ୍ନାଶୟରୁ (ଇଂରାଜୀରେ Pancreas) ଇନ୍ସୁଲିନ୍ କ୍ଷରଣ ନ ହେଲେ ବା ନିର୍ଗତ ଇନ୍ସୁଲିନ୍ ପ୍ରତି ଦେହର ଜୀବକୋଷ ପ୍ରତିକ୍ରିୟାହୀନ ହେଲେ ମଧୁମେହ ରୋଗ ହୁଏ । ମୂଖ୍ୟତଃ ତିନି ପ୍ରକାର ମଧୁମେହ ରୋଗ ଦେଖାଯାଏ ।
କ୍ଲାଉଡ଼ ଟେକ୍ନୋଲୋଜି ଏକ ଇଣ୍ଟରନେଟଦ୍ଵାରା ପ୍ରଚଳିତ ଟେକ୍ନୋଲୋଜି । ଏହାକୁ ଅନ୍ ଡିମାଣ୍ଡ କମ୍ପ୍ୟୁଟିଙ୍ଗ ମଧ୍ୟ କୁହାଯାଏ । ଏଠାରେ ଡାଟା ଓ ରିସୋରସ୍ ଗୁଡିକ ଏକ ଗ୍ରୁପ୍ ମଧ୍ୟରେ ଯୋଡି ହୋଇଥିବା କମ୍ପୁଟର ସହିତ ବଣ୍ଟନ କରାଯାଇଥାଏ । ଏକ ଗ୍ରୁପ୍ରେ ଯୋଡିହୋଇରହିଥିବା କମ୍ପୁଟର ମାନଙ୍କୁ ଏକ ସମୂହକୁ ଏହି ଡାଟା ଏବଂ ରିସୋରସ୍ ସବୁ ଦେଖିପାରିବେ । କ୍ଲାଉଡ୍ କମ୍ପୁଟିଂଗ୍ ଓ ଷ୍ଟୋରେଜ୍ ସଲୟୁସନ୍ କ୍ଲାଉଡ୍ ଟେକ୍ନୋଲଜି ବ୍ୟବହାରକାରିଙ୍କୁ ଓ ସଂସ୍ଥା ମାନଙ୍କୁ ଷ୍ଟୋରେଜ୍ ପାଇଁ ଜାଗା ପ୍ରଦାନ କରେ ଓ ଥାର୍ଡ ପାର୍ଟି ଡାଟା ସେଣ୍ଟର୍ଦ୍ଵାରା ତାଙ୍କର ଷ୍ଟୋର କରିଥିବା ଡାଟାକୁ ପ୍ରକ୍ରିୟା କରିବାର କ୍ଷମତା ଦିଏ । କ୍ଲାଉଡ୍ ଟେକ୍ନୋଲାଜି ନେଟୱର୍କିଂ ପାଇଁ ଏକ ଆଦର୍ଶ । ଏହା ସର୍ବବ୍ୟପୀ, ସୁବିଧାଜନକ, ଓ ଅନ୍-ଡିମାଣ୍ଡରେ (ଆବଶ୍ୟକତା ଅନୁସାରେ) ଏକ ନେଟୱର୍କ୍-କମ୍ପୁଟର ରିସୋର୍ସକୁ ନିଜର କ୍ଲାଉଡ୍ର ରିସୋର୍ସ୍ ବ୍ୟବହାର କରିବାର ଅନୁମତି ଓ ସୁବିଧା ମଧ୍ୟ ପ୍ରଦାନ କରିଥାଏ । ବଦଳ କରିହେଉଥିବା କମ୍ପ ରେସୋର୍ସ୍ ନେଟ୍ଵର୍କ, ସର୍ଭର, ଷ୍ଟୋରେଜ, ଆପ୍ଲିକେସନ୍ ଓ ସର୍ଭିସ୍ର ଏକ ସମୁହ । ଏହାକୁ ଅତି ଶୀଘ୍ର ଭାବରେ ଅଳ୍ପ ଖର୍ଚରେ ମ୍ୟନେଜ୍ କରିହୁଏ । ପ୍ରସ୍ତାବକ ଏହା ଦାବୀ କରନ୍ତି ଯେ କ୍ଲାଉଡ କମ୍ପ୍ୟୁଟିଙ୍ଗ୍ ବଡ ବଡ ଅନୁଷ୍ଠାନ ମାନଙ୍କୁ ନିଜର ପରିକଳ୍ପନା ଉପରେ ନିଜର ଧ୍ୟାନ କନ୍ଦ୍ରିତ କରି ଇନ୍ଫାଷ୍ଟ୍ରକ୍ଚର ଖର୍ଚ କମ କରିବାରେ ସାହଜ୍ୟ କରିଥାଏ । ଏହି ଅନୁଷ୍ଠାନ ଗୁଡିକ ଏହା ମଧ୍ୟ ଦାବି କରନ୍ତି ଯେ ଉଦ୍ୟୋଗ କର୍ମୀ ମାନଙ୍କ ପାଇଁ ତାଙ୍କର ଆପ୍ଲିକେସନକୁ ଦ୍ରୁତ ଗତିରେ ଚଳାଇବା ପାଇଁ ଓ ଅଧିକ ସୁବିଧାରେ ଓ କମ୍ ଭରଣପୋଷଣ କରି ଚଳାଇରଖିବାକୁ କ୍ଲାଉଡ ଟେକ୍ନୋଲଜି ସୁବିଧା ପ୍ରଦାନ କରେ । ଆଇ.ଟିର ଦ୍ରୁତଗତିରେ ବୃଦ୍ଧି ହେଉଥିବା ବେଳେ ବ୍ୟବସାୟ ଡିମାଣ୍ଡ ଓ ବୃଦ୍ଧି-ହ୍ରାସକୁ ସଠିକ୍ ଭାବରେ ବ୍ୟବସ୍ଥିତ କରିବା ପାଇଁ ମଧ୍ୟ କ୍ଲାଉଡ୍ ଟେକ୍ନୋଲଜି ସହଜୋଗ କରିଥାଏ ।
ଡିମ୍ଵାଶୟ (ଇଂରାଜୀ:Ovary) ସ୍ତ୍ରୀ ପ୍ରଜନନ ବିଭାଗରେ ଅନ୍ତର୍ଭୁକ୍ତ ଡିମ୍ବାଣୁ ଉତ୍ପନ୍ନ କରୁଥିବା ଏକ ଅଙ୍ଗ ଅଟେ । ଏହାର ଇଂରାଜୀ ଅନୁବାଦିତ ଶବ୍ଦ ovary ଲାଟିନ ଶବ୍ଦ ovariumରୁ ଆନୀତ, ଯାହାର ଅର୍ଥ ହେଉଛି ଅଣ୍ଡା ବା ମଞ୍ଜି । ଶରୀରର ଉଭୟପାର୍ଶ୍ୱରେ ଗୋଟିଏ ଲେଖାଏଁ ଡିମ୍ବାଶୟ ରହିଛି । ଡିମ୍ଵାଶୟ ମଧ୍ୟ ଋତୁସ୍ରାବ ଏବଂ ପ୍ରଜନନକ୍ଷମତାକୁ ପ୍ରଭାବିତ କରୁଥିବା କେତେକ ଜୀବରସ ମଧ୍ୟ କ୍ଷରଣ କରିଥାଏ । କ୍ଷରଣ କରୁଥିବା ଜୀବରସମାନଙ୍କ ପାଇଁ ଏହା ଏକ ଅନ୍ତଃସ୍ରାବୀ ଗ୍ରନ୍ଥି ରୂପେ ଜଣା । ପ୍ରସବପୂର୍ବ ସମୟ ଠାରୁ ରଜୋନିବୃତ୍ତି ପର୍ଯ୍ୟନ୍ତ ଡିମ୍ବାଶୟଦ୍ୱୟ ବିଭିନ୍ନ ସ୍ତର ଦେଇ ବିକଶିତ ହୋଇଥାଏ ।
ମା’ ମାଣିକେଶ୍ୱରୀ କଳାହାଣ୍ଡିର ନାଗବଂଶୀ ରାଜାମାନଙ୍କ ଇଷ୍ଟଦେବୀ । ଭବାନିପାଟଣା ସ୍ଥିତ ରାଜଉଆସ ପରିସର ମଧ୍ୟରେ ସେ ପୂଜା ପାଉଅଛନ୍ତି । ଏହି ରାଜ ବଂଶର ରାଜା ଉଦିତପ୍ରତାପ ଦେଓ ତାଙ୍କ ରାଜତ୍ୱ (ଖ୍ରୀଷ୍ଟାବ୍ଦ ୧୮୫୪-୧୮୮୧)ର ଅନ୍ତିମ ପାଦରେ ବର୍ତ୍ତମାନର ମାଣିକେଶ୍ୱରୀ ମନ୍ଦିରର ଭିତ୍ତି ସ୍ଥାପନ କରିଥିଲେ ଓ ତାଙ୍କ ନାତି ରାଜା ବ୍ରଜମୋହନ ଦେଓଙ୍କ ରାଜତ୍ୱ (ଖ୍ରୀଷ୍ଟାବ୍ଦ ୧୯୧୬-୧୯୩୯) ସମୟରେ ଏହି ମନ୍ଦିର ନିର୍ମାଣ ସମ୍ପୂର୍ଣ୍ଣ ହୋଇଥିଲା । ମନ୍ଦିରର ପଶ୍ଚାତ ଦେଶର ତିନି ଦିଗରେ ଥିବା ତିନିଟି କ୍ଷୁଦ୍ର ରେଖା ‘ଦଶ ମହାବିଦ୍ୟା ଦେବୀ’, ବୈଷ୍ଣବୀ, ବରାହୀ ଓ ନରସିଂହଙ୍କ ପ୍ରତିମୂର୍ତ୍ତି ପୂଜା ପାଉଛି । ମହାକାଳ ଭୈରବ ବୁଢ଼ାରାଜା ନାମରେ ପୂଜିତ ହେଉଛନ୍ତି । ବୁଢ଼ାରାଜା ମନ୍ଦିରର ଦ୍ୱାର ବର୍ଷସାରା ବନ୍ଦ ରହୁଥିବା ବେଳେ, ଏହା କେବଳ ଦଶହରା ସମୟରେ ମହାସପ୍ତମୀ ଅର୍ଦ୍ଧରାତ୍ରୀରେ ମନ୍ଦିର ଖୋଲାଯାଇଥାଏ ଓ ପୁଣି ବିଜୟା ଦଶମୀ ଦିନ ବନ୍ଦ କରିଦିଆଯାଏ । ମାଣୀକେଶ୍ୱରୀ ମନ୍ଦିରର ଗର୍ଭଗୃହରେ ସ୍ଥାପିତ ମାଣିକେଶ୍ଵରୀଙ୍କ ମୁର୍ତ୍ତି ଏକ ସ୍ତମ୍ବାକାର ଶରୀର ଉପରେ ମସ୍ତକ ସ୍ଥାପନ କରାଯାଇଥିବା ପରି ପ୍ରତୀୟମାନ ହୁଏ । ମାଣିକେଶ୍ଵରୀଙ୍କ କୌଣସି ପ୍ରତିମା ନଥାଇ ବସ୍ତ୍ରର ଆବରଣ ତଳେ ଏକ ସ୍ତମ୍ବ ରହିବା ତାତ୍ପର୍ଯ୍ୟପୂର୍ଣ୍ଣ । ପ୍ରତିବର୍ଷ ମୂଳାଷ୍ଟମୀ ରାତ୍ରିରେ ଦେବୀଙ୍କ ପୁରାତନ ମସ୍ତକକୁ ବିସର୍ଜିତ କରାଯାଇ ରତ୍ନଅଳଙ୍କାର ଖଚିତ ନୂତନ ମୃଣ୍ମୟ ମସ୍ତକ ସ୍ଥାପନ କରାଯାଏ ।
ଭାରତ ହେଉଛି ବିଶ୍ଵର ସର୍ବ ବୃହତ୍ ଗଣତାନ୍ତ୍ରିକ ରାଷ୍ଟ୍ର । ଗଣତନ୍ତ୍ରରେ ସରକାରର ୩ଟି ଅଙ୍ଗ ବା ଶାଖା ଥାଏ, ଯଥା ବ୍ୟବସ୍ଥାପକ ସଭା, କାର୍ଯ୍ୟପାଳିକା ଓ ନ୍ୟାୟପାଳିକା । ବ୍ୟବସ୍ଥାପକ ସଭା ଆଇନ ପ୍ରଣୟନ କରୁଥିବାବେଳେ କାର୍ଯ୍ୟପାଳିକା ଏହାକୁ କାର୍ଯ୍ୟକାରୀ କରେ । ସେହିପରି ବିଚାରବିଭାଗ ଏହି ଆଇନ ଗୁଡିକର ତର୍ଜମା, ବ୍ୟାଖ୍ୟା ଓ ସମୀକ୍ଷା କରେ ତଥା ଦୋଷୀକୁ ଦଣ୍ଡବିଧାନ କରେ ।
ଧାନ ହେଉଛି ଏକ ଶସ୍ୟ । ଏହା ମୁଖ୍ୟତଃ ଦକ୍ଷିଣ ପୂର୍ବ ଏସିଆ ମହାଦେଶରେ ଅଧିକ ଭାବେ ଚାଷ କରାଯାଏ। ଏହା ଏକ ମୂଳ ଶସ୍ୟ ଏଥିରୁ ବିଭିନ୍ନ ପ୍ରକାରର ଖାଦ୍ୟ ପ୍ରସ୍ତୁତ କରାଯାଏ । ଧାନ ଚାଷ ସାଧାରଣତଃ ବର୍ଷାଋତୁରେ ଚାଷ କରାଯାଏ । ଧାନ ଫସଲ ସବୁପ୍ରକାର ଜମିରେ ଚାଷ କରାଯାଇ ପାରିବ। ଧାନର ବୈଜ୍ଞାନିକ ନାମ ହେଲା ଓରିଇଜା ସାଟାଇଭା (Oryza sativa)। ଧାନ କିସମ ଅନୁସାରେ ସଅଳ, ମଧ୍ୟମ ଓ ବିଳମ୍ବ କିସମର ଅଟେ।
ଦୀପ୍ତିରେଖା ପାଢ଼ୀ ଜଣେ ଓଡ଼ିଆ ଦୂରଦର୍ଶନ ଅଭିନେତ୍ରୀ ଏବଂ ପ୍ରଚ୍ଛଦପଟ ଗାୟିକା । ସେ ଓଡ଼ିଆ ଚଳଚ୍ଚିତ୍ର ଲଭ୍ ଡଟ୍ କମ୍ରେ ପ୍ରଥମ କରି ପ୍ରଚ୍ଛଦପଟ ଗାୟିକା ଭାବରେ କାମ କରିଥିଲେ । ଏହା ପରେ ସେ ଇ ଟିଭି ଓଡ଼ିଆରେ ପ୍ରସାରିତ ରାଜକନ୍ୟା ଧାରାବାହିକରେ ନୟିକା ପୂର୍ବି ଭାବରେ ଅଭିନୟ କରିଥିଲେ । ଦୀପ୍ତି ଓଡ଼ିଆ କଥାଚିତ୍ର ସମେତ ଓଡ଼ିଆ ଭଜନ ଓ ଆଲବମ ଆଦିରେ ଗୀତ ଗାଇଛନ୍ତି ।