ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଦୁର୍ଗା ପୂଜା ଆଶ୍ଵିନ ମାସରେ ହିନ୍ଦୁମାନେ ପାଳନ କରୁଥିବା ଏକ ଉତ୍ସବ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନହେଲେ ସେତେବେଳେ ବ୍ରହ୍ମା, ଶ୍ରୀବିଷ୍ଣୁ ଓ ଶିବଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜଦ୍ଵାରା ଦୁର୍ଗାଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳଦ୍ଵାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଗଦ୍ଵାରା ଶିରଚ୍ଛେଦ କଲେ । ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଦୁର୍ଗା ପୂଜା ହିନ୍ଦୁଧର୍ମାବଲମ୍ବୀମାନଙ୍କର ତଥା ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହି ପର୍ବର ଶେଷ ଦିନଟିକୁ ଦଶହରା ବା ବିଜୟା ଦଶମୀ ନାମରେ ପରିଚିତ । ଦୁର୍ଗା ପୂଜା ଶକ୍ତି ଉପାସନାର ପର୍ବ । ଏହା ବିଭିନ୍ନ କୁଳାଚାର ମତେ ଷୋଳଦିନ, ନଅଦିନ ବା ତିନିଦିନ ଧରି ପାଳିତ ହୁଏ । ମୁଖ୍ୟତଃ ଶରତ ଋତୁର ଆଶ୍ଵିନ ଶୁକ୍ଲପକ୍ଷ ପ୍ରତିପଦ ଠାରୁ ନବମୀ ବିଶେଷଭାବେ ଦେବୀଙ୍କ ପୂଜନର ପ୍ରକୃଷ୍ଟ ସମୟ ହୋଇଥିଲେ ହେଁ ଚୈତ୍ର ଶୁକ୍ଲ ପକ୍ଷରେ ମଧ୍ୟ ଏହା ବାସନ୍ତୀ ନବରାତ୍ର ରୂପେ ପାଳନ କରାଯାଇଥାଏ । ଦେବୀ ପୁରାଣ ଓ କାଳିକା ପୁରାଣରେ ଦୁର୍ଗାପୂଜାକୁ ଶାରଦୀୟ ପାର୍ବଣ କୁହାଯାଉଥିବା ବେଳେ ମାର୍କଣ୍ଡେୟ ପୁରାଣରେ ବାର୍ଷିକୀ ଶାରଦ ପୂଜନ କୁହାଯାଏ । ଦେବୀ ଦୁର୍ଗା ଦୁଃଖନାଶିନୀ।ନବରାତ୍ରୀରେ ଦୁର୍ଗାଙ୍କୁ ଶ୍ରଦ୍ଧାର ସହ ପୂଜା କଲେ ଉପାସକ ନବଶକ୍ତି ପ୍ରାପ୍ତ ହେଇଥାନ୍ତି । ଶାରଦୀୟ ନବରାତ୍ରୀ କାଳରେ ବ୍ରହ୍ମାଣ୍ଡର ସମସ୍ତ ଗ୍ରହ ସକ୍ରିୟ ଥିବାରୁ ଶକ୍ତି ଉପାସକଙ୍କର କୈଣସି ଅନିଷ୍ଟ ହୁଏନାହିଁ । ଦୁର୍ଗାଙ୍କର ଏହି ନବଶକ୍ତି ଜାଗ୍ରତ କରିବା ପାଇଁ ନବାର୍ଣ୍ଣ ବା ନବାକ୍ଷରୀ ମନ୍ତ୍ର ଜପ କରିବା ପାଇଁ ପରାମର୍ଶ ଦିଆଯାଇଛି । ନବର ଅର୍ଥ ନଅ ଓ ଅର୍ଣର ଅର୍ଥ ଅକ୍ଷର । ନବାର୍ଣ୍ଣ ମନ୍ତ୍ରଟି ହେଉଛି - ଐଂ ହ୍ଲୀଂ କ୍ଲୀଂ ଚାମୁଣ୍ଡାୟୈ ବିଚ୍ଚେ।ଏହି ମନ୍ତ୍ରର ପ୍ରତ୍ୟେକ ଅକ୍ଷର ଦୁର୍ଗାଙ୍କ ଗୋଟିଏ ଗୋଟିଏ ଶକ୍ତିର ପରିଚାୟକ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ନଅଦିନ ବ୍ୟାପି ହେଉଥିବା ଏହି ପୂଜାରେ ଶକ୍ତି ସ୍ୱରୂପିଣୀ ମା’ ଦୁର୍ଗାଙ୍କୁ ବିଭିନ୍ନ ରୂପରେ ପୂଜା କରାଯାଏ ଏହି ନବରାତ୍ରିର ପ୍ରଥମ ତିନିଦିନରେ ମା’ଙ୍କୁ ଦୁଷ୍ଟ ବିନାଶିନୀ ଦୁର୍ଗା ତଥା କାଳୀ ରୂପରେ ପୂଜା କରାଯାଏ । ମଝି ତିନିଦିନରେ ମା’ଙ୍କୁ ଧନଧାନ୍ୟ ତଥା ସମ୍ପଦର ଦେବୀ ଲକ୍ଷ୍ମୀଙ୍କ ରୂପରେ ପୂଜା କରାଯାଏ । ସେହିପରି ଶେଷ ତିନିଦିନରେ ମା’ ବିଦ୍ୟାଦାତ୍ରୀ ସରସ୍ୱତୀ ଭାବେ ପୂଜା ପାଇଥାନ୍ତି । ନବରାତ୍ରିର ଶେଷ ଦିନରେ ବିଜୟା ଦଶମୀ ପାଳିତ ହୋଇଥାଏ ।
ମହାମାୟୀ ଦୁର୍ଗା ସମଗ୍ର ଦେବକୁଳର ସର୍ବୋତ୍ତମ ଅସ୍ତ୍ରଗୁଡିକର ଅଧିକାଅରିଣୀ । ସେ ମଧ୍ୟ ସେସବୁ ଅସ୍ତ୍ରର ପ୍ରୟୋଗକାରିଣୀ । ପଶୁରାଜ ସିଂହ ଦୁର୍ଗାଙ୍କ ବାହାନ । ତାଙ୍କ ଅଙ୍ଗଭୂଷଣ ତଥା ଅଙ୍ଗରକ୍ଷୀ ଭାବେ କାର୍ଯ୍ୟ କରୁଛନ୍ତି ବିଷଧର ନାଗକୁଳ । ମାର୍କଣ୍ଡେୟ ପୁରାଣ ଅନ୍ତର୍ଗତ ‘ଚଣ୍ଡୀ’ରେ କୁହାଯାଇଛି ଭଗବତୀ ଚଣ୍ଡିକା ମହାମାୟା ଏବଂ ସନାତନୀ ଦେବୀ ହେଇଥିଲେ ହେଁ ବିଶ୍ଵର କଲ୍ୟାଣ ପାଇଁ ସେ ବାରମ୍ବାର ଆବିର୍ଭୂତା ହୋଇଥାନ୍ତି । ପ୍ରତ୍ୟେକ ମନୁଷ୍ୟର ଶରୀରରେ ଆଦ୍ୟାଶକ୍ତି କୁଳକୁଣ୍ଡଳିନୀ ରୂପେ ବିରାଜିତା । ସୃଷ୍ଟିର ପ୍ରଥମ ଉଚ୍ଚାରଣ ମା’ । ସେ ଗର୍ଭଧାରିଣୀ ଲାଳନପାଳନ କର୍ତ୍ତ୍ରୀ ତଥା ତ୍ୟାଗ,ଦୟା,ଦୟା, କ୍ଷମା ଓ ମମତାର ପ୍ରତୀକାତ୍ମକ ରୂପ । ମା’ଙ୍କର ଉପାସନା ଇତିହାସର ବର୍ଗବନ୍ଧନୀଠାରୁ ମଧ୍ୟ ବହୁ ପୁରାତନ । ଆଦ୍ୟାଶକ୍ତି ଭାବେ ସେ ସର୍ବଶକ୍ତିମୟୀ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
୧୯୩୬ ଅପ୍ରେଲ ୧ ତାରିଖ ଦିନ ଏକ ରାଜ୍ୟ ଭାବେ ନବଗଠିତ ହେବା ସ୍ମୃତିରେ ଅପ୍ରେଲ ମାସ ୧ ତାରିଖ ଦିନ ଉତ୍କଳ ଦିବସ (ଓଡ଼ିଶା ଦିବସ) ପାଳନ କରାଯାଇଥାଏ । ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ । ୧୫୬୮ରେ ଶେଷ ହିନ୍ଦୁ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ, ବ୍ରିଟିଶ ଶାସନରୁ ଅଲଗା ହୋଇ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ଆନ୍ଦୋଳନ ତେଜିଥିଲା । ପ୍ରଥମେ ଓଡ଼ିଶା ରାଜ୍ୟ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ଵର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ତିଆରି କରାଯାଇଥିଲା । ସାର ଅଷ୍ଟିନ ହବାକ ଓଡ଼ିଶାର ପହିଲା ରାଜ୍ୟପାଳ ଭାବରେ ଶପଥ ନେଇଥିଲେ । ୧୯୩୬ ମସିହା ଏପ୍ରିଲ ପହିଲା ଦିନ ଓଡ଼ିଶାକୁ ଏକ ସ୍ଵତନ୍ତ୍ର ରାଜ୍ୟର ମାନ୍ୟତା ମିଳିଲା। ୧୯୯୨ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁନର୍ବିଭାଜନ କରି ୩୦ଟି ଜିଲ୍ଲାରେ ଭାଗ କରାଗଲା । ପ୍ରତି ବର୍ଷ ଏପ୍ରିଲ ପହିଲା ଦିନଟିକୁ ଓଡ଼ିଶା ଦିବସ ରୂପେ ପାଳନ କରା ଯାଇ ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର କର୍ଣ୍ଣଧାରମାନଙ୍କୁ ସମ୍ମାନ ଅର୍ପଣ କରାଯାଏ । , ଏବେ ଓଡ଼ିଶାରେ ୩୦ଟି ଜିଲ୍ଲା ରହିଛି ।
ପଶ୍ଚିମ ଓଡ଼ିଶା ( ଇଂରାଜୀ : Western Odisha ) ଓଡ଼ିଶାର କଳାହାଣ୍ଡି ଜିଲ୍ଲାରୁ ଆରମ୍ଭ କରି ସୁନ୍ଦରଗଡ଼ ଜିଲ୍ଲା ପର୍ଯ୍ୟନ୍ତ ପରିବ୍ୟାପ୍ତ ଭୂଖଣ୍ଡକୁ ପଶ୍ଚିମ ଓଡ଼ିଶା କୁହା ଯାଏ । ଏହି ଅଞ୍ଚଳ ଭିତରେ ସମ୍ବଲପୁର ଜିଲ୍ଲା, ବଲାଙ୍ଗୀର , ବରଗଡ଼, ଦେବଗଡ଼ , ଝାରସୁଗୁଡା , କଳାହାଣ୍ଡି , ବୌଦ, ସୁନ୍ଦରଗଡ଼ ନୂଆପଡ଼ା ,ସୁବର୍ଣ୍ଣପୁର ଜିଲ୍ଲା ( ସୋନପୁର) ଜିଲ୍ଲା ସମୂହ ସହ ଅନୁଗୁଳ ଜିଲ୍ଲାର ଆଠମଲ୍ଲିକ ସବ ଡିଭିଜନ ଅନ୍ତର୍ଭୁକ୍ତ । ଏହାକୁ କୋଶଳ ଅଞ୍ଚଳ ବୋଲି କହାଯାଏ । ପଞ୍ଚମ ଶତାବ୍ଦୀ ପୂର୍ବରୁ ଏହି ଅଞ୍ଚଳ ଦକ୍ଷିଣ କୋଶଳ ନାମରେ ପରିଚିତ ଥିଲା ଏବଂ ଏହା ଏକ ବିଶାଳ ଭୌଗୋଳିକ ଅଞ୍ଚଳ ଥିଲା । ଏହା କୃଷିପ୍ରଧାନ ଅଞ୍ଚଳ ଭାବରେ ଏକ ସାଂସ୍କୃତିକ ସମନ୍ନ୍ୟୟ ପୂର୍ଣ ଅଞ୍ଚଳ ଥିଲା । ଏବେ କଳାହାଣ୍ଡି , କୋରାପୁଟ ଓ ବଲାଙ୍ଗିର ମରୁଡ଼ି ପ୍ରବଣ ଜିଲ୍ଲା ଭାବେ KBK ନାମରେ ଚିହ୍ନିତ ହେଇ ଅନେକ ବର୍ଷ ହେଲା କେନ୍ଦ୍ର ତଥା ରାଜ୍ୟ ସରକାରଙ୍କଦ୍ଵାରା ସ୍ଵତନ୍ତ୍ର ସାହାଯ୍ୟ ପ୍ରାପ୍ତ ହେଇଥିଲେ ମଧ୍ୟ ଖୁବ ଦରିଦ୍ର ଓ ଅନା ଟନ ଭିତରେ ଏହାର ଅଧିକାଂଶ ଅଧିବାସୀ ରହିଛନ୍ତି । ପୁଣି ପୁରା ପଶ୍ଚିମ ଓଡ଼ିଶାର ବିକାଶ ପାଇଁ ରାଜ୍ୟ ସରକାର ସ୍ଵତନ୍ତ୍ର 'ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ' ( WODC ) ଗଠନ କରିଛନ୍ତି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଦଶହରା ଓଡ଼ିଶାରେ ପାଳିତ ଏକ ଗଣପର୍ବ । ଓଡ଼ିଶା ଭିନ୍ନ ବିଭିନ୍ନ ଭାରତୀୟ ରାଜ୍ୟରେ ଏହା ଦଶେରା, ନବରାତ୍ରି, ଦୁର୍ଗା ପୂଜା ନାମରେ ସମାନ ସମୟରେ ପାଳିତ । ଏହା ଆୟୁଧ ପୂଜା ବା ଅସ୍ତ୍ରପୂଜା ନାମରେ ଓଡ଼ିଶାରେ ଆଗରୁ ପାଳିତ ହେଉଥିଲା ଯାହା ପରେ ବଙ୍ଗରୁ ଆରମ୍ଭ ମାଟି ମୂର୍ତ୍ତି ନିର୍ମାଣ କରି ଦୁର୍ଗା ପୂଜା ଅଥବା ଉତ୍ତର ଭାରତରେ ପାଳିତ "ନବରାତ୍ରି" ସହିତ ପାଳିତ ହୋଇଆସୁଛି । ଦଶହରା ଅବସରରେ ଖଣ୍ଡା, ଢାଲ, ଲଙ୍ଗଳ ଲୁହା, କରଣୀ ଆଦି ବିଭିନ୍ନ ପାରମ୍ପାରିକ ଯନ୍ତ୍ର ଓ ଉପକରଣ ଆଦି ଏହି ଦିନ ପୂଜା କରାଯାଇଥାଏ । ଓଡ଼ିଶା ଏକ କୃଷିପ୍ରଧାନ ରାଜ୍ୟ ହୋଇଥିବାରୁ କୃଷିଭିତ୍ତିକ ଉପକରଣ ହଳ-ଲଙ୍ଗଳ, ଐତିହାସିକ ଯୁଦ୍ଧରେ ଅରି ପରାହତ ନିମନ୍ତେ ବ୍ୟବହାର ହୋଇଥିବାରୁ ଖଣ୍ଡା, ଢାଲ ଆଦି ଉପକରଣ ତଥା ନଥିକରଣରେ ମୁଖ୍ୟ ଭୂମିକା ନିଭାଇଥିବାରୁ କରଣୀ ଆଦି ଉପକରଣକୁ ଏହି ଦିନ ପୂଜା କରାଯାଇଥାଏ । ଏହା ଓଡ଼ିଶାର ବିଭିନ୍ନ ଜାତିର ଲୋକଙ୍କ କୌଳିକ ପେଷାର ଉପକରଣମାନଙ୍କ ପ୍ରତି ଅଙ୍ଗୀକାରବଦ୍ଧତାକୁ ଦର୍ଶାଇବା ନିମନ୍ତେ ପାଳିତ ହୋଇଥାଏ ।
ବିଲୁଆ ବା ଶୃଗାଳ (ଈଂରାଜୀରେ Jackal, ହିନ୍ଦୀରେ शियार) ମଧ୍ୟମ ଆକାରର ଏକ ସର୍ବଭକ୍ଷୀ ସ୍ତନ୍ୟପାୟୀ ପ୍ରାଣୀ । ଗଧିଆ, କୋୟୋଟି ଓ ଦେଶୀ କୁକୁରଙ୍କ ପରି ବିଲୁଆ ମଧ୍ୟ କ୍ୟାନିସ୍ ଜୀବ ପରିବାରର । ପାରମ୍ପରିକ ଭାବେ ଈଂରାଜୀ ଶବ୍ଦ ଜ୍ୟାକଲ୍ (Jackal) ଅନେକ କ୍ୟାନିସ୍ ପରିବାରର ଜୀବଙ୍କ ପାଇଁ ବ୍ୟବହୃତ ହେଉଥିଲା । କିନ୍ତୁ ବର୍ତ୍ତମାନ ଏହା କେବଳ ଉପ-ସାହାରା ଅଞ୍ଚଳର କୃଷ୍ଣପୃଷ୍ଠ ଶୃଗାଳ, ପଟାଦାଗ ବିଲୁଆ, ଦକ୍ଷିଣ ଓ ମଧ୍ୟ ୟୁରେସିଆର ସୁବର୍ଣ୍ଣ ଶୃଗାଳ ପାଇଁ ଏହି ଶବ୍ଦ ବ୍ୟବହାର କରାଯାଏ । ଉପ-ସାହାରାର ଦୁଇ ବିଲୁଆ ପ୍ରଜାତି ଅତି ନିକଟ ସମ୍ପର୍କୀୟ ହୋଇଥିବା ବେଳେ ସୁବର୍ଣ୍ଣ ଶୃଗାଳ କ୍ୟାନିସ୍ ଜାତିର ଅନ୍ୟ ଜୀବଙ୍କର ନିକଟ ସମ୍ପର୍କୀୟ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ବଲାଙ୍ଗୀର ଜିଲ୍ଲାର ପାଟଣାଗଡ ଉପଖଣ୍ଡ ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ପର୍ବତର ପାଦଦେଶରେ ଥିବା ହରିଶଙ୍କର ଉଭୟ ଶୈବପୀଠ ଓ ପ୍ରାକୃତିକ ସୌନ୍ଦର୍ଯ୍ୟ ପାଇଁ ପ୍ରସିଦ୍ଧ । ଏହାର ଦୂରତା ସଦର ମହକୁମାରୁ ପ୍ରାୟ ୮୦ କି.ମି ହେବ । ଗନ୍ଧମାର୍ଦ୍ଦନ ପର୍ବତର ଉତ୍ତରାଞ୍ଚଳରେ ବରଗଡ଼ ଜିଲ୍ଲାର ପ୍ରସିଦ୍ଧ ନୃସିଂହନାଥ ମନ୍ଦିର ଥିବାବେଳେ ଦକ୍ଷିଣରେ ରହିଛି ହରିଶଙ୍କର । ଏହି ପୀଠରେ ହରି ଓ ଶଙ୍କର ଏକାଠି ପୂଜା ପାଉଥିବାରୁ ଏହି ପୀଠର ସ୍ଵତନ୍ତ୍ରତା ରହିଛି । ହରିଶଙ୍କର ମନ୍ଦିର ଏବଂ ନୃସିଂହନାଥ ମନ୍ଦିର ମଧ୍ୟରେ ଅବସ୍ଥିତ ମାଳଭୂମିରେ ବୌଦ୍ଧ ଧର୍ମାଲମ୍ବୀଙ୍କଦ୍ୱାରା ନିର୍ମାଣ କରାଯାଇଥିବା ଧ୍ୱସ୍ତବିଧ୍ୱସ୍ତ ଏକ ପ୍ରାଚୀନ ପରିମଳଗିରି ବିଶ୍ୱବିଦ୍ୟାଳୟ ରହିଛି ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ପୁର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ ୧୯୩୦ରୁ ୧୯୪୦ ଭିତରେ ପ୍ରକାଶିତ ଏକ ବିଶାଳ ୭ ଖଣ୍ଡ ଓ ୯୫୦୦ ପୃଷ୍ଠାର ଓଡ଼ିଆ ଭାଷାକୋଷ ଯାହା ମୁଖ୍ୟତଃ ଗୋପାଳ ଚନ୍ଦ୍ର ପ୍ରହରାଜ (୧୮୭୪-୧୯୪୫) ଓ ତାଙ୍କର କେତେଜଣ ସହକର୍ମୀଙ୍କ ପ୍ରଚେଷ୍ଟା ଓ କେତେବର୍ଷର କଠିଣ ପରିଶ୍ରମରୁ ତିଆରି ହୋଇଥିଲା । ଏହା ଥିଲା ପ୍ରଥମ ଓଡ଼ିଆ ଭାଷାକୋଷ ।ଗୋପାଳ ଚନ୍ଦ୍ର ପ୍ରହରାଜ କେବଳ ଏଥି ନିମନ୍ତେ ଶବ୍ଦ ଖୋଜିବା ଓ ଏହାର ସମ୍ପାଦନା କରିନଥିଲେ, ସେ ଏହା ପାଇଁ ସର୍ବସାଧାରଣ ଅନୁଦାନ ଓ ଛପା ଖର୍ଚ ମଧ୍ୟ ବହନ କରିଥିଲେ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ଵର ବିଭିନ୍ନ ସ୍ଥାନରୁ ସ୍ଵେଚ୍ଛାସେବକ ମାନଙ୍କ ଅବଦାନଦ୍ଵାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ଵର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ବରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ଵାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ବାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ଵର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ସ୍ତନ କର୍କଟ (ଇଂରାଜୀରେ Breast cancer) ରୋଗ ସ୍ତନ ତନ୍ତୁରୁ ବାହାରୁଥିବା ଏକ କର୍କଟ ରୋଗର ନାମ । ସ୍ତନ ଭିତରେ ଗୋଟାଳି ବାହାରିବା, ସ୍ତନ ଆକାରରେ ପରିବର୍ତ୍ତନ ଆସିବା ଓ କ୍ଷୁଦ୍ର ଗାତ ଦେଖାଯିବା। ସ୍ତନାଗ୍ରରୁ ତରଳ ପଦାର୍ଥ ବାହାରିବା ଓ ଚମରେ ଲାଲ କାତି ଚକଡ଼ା ଦେଖାଯିବା ଇତ୍ୟାଦି ଲକ୍ଷଣ ସମସ୍ତ ଏହି ରୋଗରେ ଦେଖାଯାଏ । ଦୂରବର୍ତ୍ତୀ ବ୍ୟାପନ ହେଲେ ହାଡ଼ ଯନ୍ତ୍ରଣା, ଲସିକା ଗ୍ରନ୍ଥି ଫୁଲା, ଛୋଟ ଶ୍ୱାସ କ୍ରିୟା କିମ୍ବା ହଳଦିଆ ଚମ ଲକ୍ଷଣମାନ ଦେଖାଯାଏ ।ସ୍ତନ କର୍କଟ ରୋଗର ସଙ୍କଟାବସ୍ଥାମାନଙ୍କ ନାମ: ସ୍ଥୌଲତା ବା ମୋଟାପଣ, ବ୍ୟାୟାମ ଅଭାବ, ମଦ୍ୟପାନ, ଋତୁବନ୍ଦ ସମୟରେ ହରମୋନ ପ୍ରତିସ୍ଥାପନ, ଆୟୋନାଇଜିଙ୍ଗ ରାଡିଏସନ, ଅଳ୍ପ ବୟସରେ ଋତୁଦର୍ଶନ(menarche), ଡେରିରେ ବା ଆଦୌ ଛୁଆ ନ ହେବା । ପ୍ରାୟ ୫ରୁ ୧୦ % ବଂଶାନୁକ୍ରମିକ ଭାବେ ପିତାମାତାଙ୍କ ଜିନରୁ (BRCA1 ଓ BRCA2) ଆସେ । କ୍ଷୀର ତିଆରି ହେଉଥିବା ଲୋବ୍ୟୁଲ ଓ କ୍ଷୀରବାହିନଳୀର ଜୀବକୋଷରୁ ଆରମ୍ଭ ହୁଏ । କ୍ଷୀରନଳୀରୁ ହେଉଥିବା କର୍କଟକୁ ଡକ୍ଟାଲ କର୍କଟ ଓ [[ଲୋବ୍ୟୁଲରୁ ହେଉଥିବା କର୍କଟକୁ ଲୋବ୍ୟୁଲାର କର୍କତ କୁହାଯାଏ । ଏହା ବ୍ୟତୀତ ୧୮ ପ୍ରକାର ଅନ୍ୟ ସ୍ତନ କର୍କଟ ହୁଏ । ସ୍ଥିତାବସ୍ଥା-ଡକ୍ଟାଲ କର୍କଟରୁ ମଧ୍ୟ କେତେକ କର୍କଟ ରୋଗ ହୁଏ । କର୍କଟ ଗୋଟାଳିରୁ ବାୟୋପ୍ସି ନେଇ ପରୀକ୍ଷା କରି ରୋଗ ନିଣ୍ଣୟ କରାଯାଏ । ଥରେ ରୋଗ ଜଣାପଡ଼ିଗଲେ ଏହାର ବ୍ୟାପିବା ଅବସ୍ଥା ନିମନ୍ତେ ଅଧିକ ପରୀକ୍ଷା କରାଯାଏ । ସ୍ତନ କର୍କଟ ରୋଗରେ ସ୍କ୍ରିନିଙ୍ଗର ଉପକାରିତା ଓ ଅପକାରିତାର ଚର୍ଚ୍ଚା ଦ୍ୱାନ୍ଦାତ୍ମକ ଅଟେ । ସନ ୨୦୧୩ର କକ୍ରେନ ସମୀକ୍ଷା ଅନୁସାରେ ଏହାର ସଠିକ ପ୍ରମାଣ ମିଳୁନାହିଁ । ସନ ୨୦୦୯ର ସମୀକ୍ଷା ଅନୁସାରେ ୟୁ ଏସ ସର୍ଭିସ ଟାସ୍କ ଫୋର୍ସ ସଂସ୍ଥା ୪୦ରୁ ୭୦ ବର୍ଷ ବୟସ୍କ ଲୋକ ଉପକାର ପାଆନ୍ତି, ତେଣୁ ଏହି ସଂସ୍ଥା ପ୍ରତି ଦୁଇ ବର୍ଷରେ ଥରେ ୫୦ରୁ ୭୪ ବର୍ଷ ବୟସ୍କ ଲୋକଙ୍କର ସ୍କ୍ରିନିଙ୍ଗ କରିବାକୁ ଉପଦେଶ ଦେଇଥିଲେ । ଅଧିକ ସଂକଟାପନ୍ନ ଲୋକଙ୍କୁ ଟାମୋକ୍ସିଫେନ କିମ୍ବ ରାଲୋକ୍ସିଫେନ ଔଷଧ ବ୍ୟବହାର କରି ଅଧିକ ସଙ୍କଟ ଥିବା ଲୋକଙ୍କର ସ୍ତନ କର୍କଟ ରୋଗକୁ ପ୍ରତିରୋଧ କରିବାକୁ ଚେଷ୍ଟା କରାଯାଏ । ଏହି ଲୋକମାନଙ୍କର ଉଭୟ ସ୍ତନ ଅପରେଶନଦ୍ୱାର ବାହାର କରିଦେଇ ରୋଗ ରୋକିବାକୁ ଉପଦେଶ ଦିଆଯାଏ । କର୍କଟ ରୋଗ ହୋଇସାରିଥିଲେ ଅପରେଶନ, ରାଡିଏସନ ଥେରାପି, କେମୋଥେରାପି କିମ୍ବା ଟାର୍ଗେଟେଡ ଥେରାପିଦ୍ୱାରା ଚିକିତ୍ସା କରାଯାଏ । ସ୍ତନ କର୍କଟର ପରିସ୍ଥିତି ନେଇ ଅପରେଶନ କରାଯାଏ; ସୁରକ୍ଷାତ୍ମକ ବା ସମ୍ପୁର୍ଣ୍ଣ ନିଷ୍କାସନ । ଅପରେଶନ ସମୟରେ ବା ପରେ ସ୍ତନର ପୁନନିର୍ମାଣ କରାଯାଇପାରେ । ପ୍ରାରମ୍ଭ ସ୍ଥାନରୁ ଅନ୍ୟ ସ୍ଥାନକୁ ବ୍ୟାପିଥିଲେ କେବଳ ଆରାମ ଓ ପରିବର୍ତ୍ତିତ ଜୀବନ ନିମନ୍ତେ ଚେଷ୍ଟା କରାଯାଏ । ସ୍ତନ କର୍କଟର ପ୍ରକାର, ଅଗ୍ରସର ବା ରୋଗ ସ୍ଟେଜ ଓ ରୋଗୀର ବୟସ ଉପରେ ଫଳାଫଳ ନିର୍ଭର କରେ । ବିକଶିତ ଦେଶମାନଙ୍କରେ ବଞ୍ଚିବା ହାର ଅଧିକ, ଆମେରିକା ଓ ଇଂଲଣ୍ଡରେ ପାଞ୍ଚ ବର୍ଷ ଆୟୁଷ ହାର ୮୦ %ରୁ ୯୦ % । ବିକାଶଶୀଳ ଦେଶମାନଙ୍କରେଏହି ଆୟୁଷ ହାର ଅତି କମ । ପୃଥିବୀରେ ମହିଳାମାନଙ୍କଠାରେ ହେଉଥିବା ସମୁଦାୟ କର୍କଟ ମଧ୍ୟରେ ସ୍ତନ କର୍କଟ ହାର ସର୍ବାଧିକ, ପ୍ରାୟ ୨୫ % । ସନ ୨୦୧୨ର ହିସାବ ଅନୁସାରେ ୧.୬୮ ନିୟୁତ ସ୍ତନ କର୍କଟ ହୋଇଥିଲା ଓ ୫୨୨,୦୦୦ ମୃତ୍ୟୁ ହୋଇଥିଲା । ବିକଶିତ ଦେଶମାନଙ୍କରେ ଏହି ରୋଗ ଅଧିକ ଦେଖାଯାଏ ଓ ପୁରୁଷମାନଙ୍କ ରୋଗ ଅପେକ୍ଷା ଏହା ୧୦୦ ଗୁଣ ଅଧିକ ।
ଆଲାହାବାଦକୁ ଇଲ୍ଲାହାବାଦ, ପ୍ରୟାଗ ଏବଂ ପ୍ରୟାଗରାଜ ନାମରେ ମଧ୍ୟ ଜଣାଯାଏ । ଏହା ଉତ୍ତର ପ୍ରଦେଶ ରାଜ୍ୟର ଏକ ପ୍ରମୁଖ ସହର ଓ ବାଣିଜ୍ୟ କେନ୍ଦ୍ର ଅଟେ । ଏହା ମଧ୍ୟ ଆଲାହାବାଦ ଜିଲ୍ଲାର ସଦର ମହକୁମା। ଆଲାହାବାଦକୁ ପ୍ରଧାନମନ୍ତ୍ରୀର ସହର ବୋଲି ମଧ୍ୟ କୁହାଯାଏ, କାରଣ ସ୍ଵାଧୀନତା ପରବର୍ତ୍ତୀ ଭାରତର ୧୩ ଜଣ ପ୍ରଧାନ ମନ୍ତ୍ରୀଙ୍କ ମଧ୍ୟରୁ ସାତ ଜଣ ଆଲାହାବାଦଠାରେ ଜନ୍ମ ଗ୍ରହଣ କରିଛନ୍ତି ।
ପିଲାଙ୍କ ଉଦ୍ଦେଶ୍ୟରେ ଲିଖିତ ସାହିତ୍ୟ ହେଉଛି ଶିଶୁ ସାହିତ୍ୟ । ଓଡ଼ିଶାରେ ଶିଶୁ ସାହିତ୍ୟର ଏକ ବିସ୍ତୃତ ଇତିହାସ ଅଛି । ଆଈର କାହାଣୀ ପେଡି ,ମାଆର ଜହ୍ନମାମୁ ଗୀତ, ସାଙ୍ଗ ସାଥୀଙ୍କ ସହ ଖେଳିବା ବେଳେ ଶିଶୁ ମୁହଁର ଗୀତ ସବୁ ପୁରାକାଳରେ ଶିଶୁର ବିନୋଦନ ଓ ମନୋରଞ୍ଜନ କ୍ଷେତ୍ରରେ ସହାୟକ ହେଉଥିଲା । ଏସବୁ ଶିଶୁ ସାହିତ୍ୟ ଆରମ୍ଭ ପର୍ଯ୍ୟାୟର କଥା । ପରବର୍ତ୍ତୀ ସମୟରେ ବିଭିନ୍ନ ପୁରାଣ କାହାଣୀ ,ରହସ୍ୟ କଥା ଓ କଉତୁକ ଗୀତସବୁ ଶିଶୁର କଅଁଳ ମନକୁ ବେଶ କିଛି ବର୍ଷ ଧରି ପ୍ରଭାବିତ କରି ରଖିଥିଲା । ଓଡ଼ିଆରେ ରଚିତ ଶିଶୁ ଉପଯୋଗୀ ଲେଖା (କବିତା, ଗପ, ଉପନ୍ୟାସ) ଓଡ଼ିଆ ଶିଶୁ ସାହିତ୍ୟର ମୁଖ୍ୟ ବିଭବ ।
ଓଡ଼ିଶାର ସାମୁଦ୍ରିକ ବାଣିଜ୍ୟର ଇତିହାସ
ଓଡ଼ିଶା ପ୍ରଚୀନ ସମୟରେ କଳିଙ୍ଗ ନାମରେ ଜଣାଶୁଣା ଥିଲା । କଳିଙ୍ଗବାସୀଙ୍କର ସାମୁଦ୍ରିକ ବାଣିଜ୍ୟ ଖ୍ରୀଷ୍ଟପୂର୍ବ ୩୫୦ ପୂର୍ବରୁ ଆରମ୍ଭ ହୋଇସାରିଥିଲା ବୋଲି କେତେକ ପ୍ରାଚୀନ ସୂତ୍ରରୁ ଜଣାପଡେ । ଏହି ଅଞ୍ଚଳର ବ୍ୟବସାୟୀ/ସାଧବମାନେ ବଙ୍ଗୋପସାଗର ପାରକରି ଦକ୍ଷିଣ-ପୂର୍ବ ଏସିଆ ଓ ଚୀନ ସହିତ ବ୍ୟବସାୟିକ ସମ୍ବନ୍ଧ ସ୍ଥାପନ କରି ପାରିଥିଲେ । ଦକ୍ଷିଣ-ପୂର୍ବ ଏସିଆର ଅନେକ ସ୍ଥାନରେ କଳିଙ୍ଗର ସଂସ୍କୃତିର ଛାପ ଦେଖିବାକୁ ମିଳେ । ଖ୍ରୀଷ୍ଟାବ୍ଦ ଷଷ୍ଠ ଶତାବ୍ଦୀରେ ରଚିତ ମଞ୍ଜୁଶ୍ରୀମୂଳକଳ୍ପରେ ବଙ୍ଗୋପସାଗରକୁ “କଳିଙ୍ଗ ସାଗର” ବୋଲି କୁହାଯାଇଛି । ଏହା ସେହି ସମୟର ସାମୁଦ୍ରିକ ବାଣିଜ୍ୟରେ କଳିଙ୍ଗର ଏକଛତ୍ର ପ୍ରଭାବର ସୂଚନା ଦିଏ । ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ପାଳିତ ହେଉଥିବା ବାଲି ଯାତ୍ରା, ବୋଇତ ବନ୍ଦାଣ ଏହି ମହାନ ଇତିହାସର ଜୀବନ୍ତ ସାକ୍ଷୀ ।
ଦୁର୍ଗମଛେଦିନୀ, ଦୁର୍ଗତିନାଶିନୀ, ଶକ୍ତି ସ୍ୱରୂପିଣୀ, ତ୍ରିଶୂଳଧାରିଣୀ, ବଳଦାୟିନୀ, ମହିଷମର୍ଦ୍ଦିନୀ, ଚଣ୍ଡମୁଣ୍ଡ ବିନାଶିନୀ ମା’ ଦୁର୍ଗା ହେଉଛନ୍ତି ସମସ୍ତ ଶକ୍ତିର ଅଧିଷ୍ଠାତ୍ରୀ ଦେବୀ । ମା’ ଦୁର୍ଗା ହେଉଛନ୍ତି ମୋକ୍ଷଦାତ୍ରୀ, ମଙ୍ଗଳମୟୀ । ମା’ ଦୁର୍ଗାଙ୍କୁ ଉପାସନା କଲେ ମଣିଷ ଧର୍ମ – ଅର୍ଥ – କାମ – ମୋକ୍ଷ ଚତୁର୍ବର୍ଗର ଫଳପ୍ରାପ୍ତି କରିଥାଏ । ଦୁର୍ଗାସାଧନାର ପ୍ରାପ୍ତିଫଳ ଅସୀମ ଏବଂ ଅନନ୍ତ । ଏକଦା ଦେବତାମାନେ ମାତାଦୁର୍ଗାଙ୍କୁ ଷୋଡଶ ଉପଚାରରେ ପୂଜା କଲେ । ଦେବତାମାନଙ୍କ ପୂଜାରେ ସନ୍ତୁଷ୍ଟ ହୋଇ ଦୁର୍ଗତିନାଶିନୀ ଦୁର୍ଗା କହିଲେ – “ ହେ ଦେବଗଣ, ମୁଁ ତୁମ୍ଭମାନଙ୍କ ପୂଜାରେ ସନ୍ତୁଷ୍ଟ । ମୁଁ ତୁମ୍ଭମାନଙ୍କୁ ଏକ ଦୁର୍ଲଭବସ୍ତୁ ପ୍ରଦାନ କରିବି “ । ଦୁର୍ଗାଙ୍କ କଥା ଶୁଣି ଦେବତାମାନେ କହିଲେ – “ ହେ ମା’ ଦୁର୍ଗା ଆପଣ ଆମ୍ଭମାନଙ୍କର ଶତ୍ରୁ ମହିଷାସୁର, ଚଣ୍ଡମଣ୍ଡ ଓ ଶୁମ୍ଭନିଶୁମ୍ଭ ଆଦି ଦାନବମାନଙ୍କୁ ସଂହାର କରିଛନ୍ତି । ଆପଣ ଭକ୍ତମାନଙ୍କ ପାଇଁ କଳ୍ପବୃକ୍ଷ ଅଟନ୍ତି । ଆମ୍ଭେମାନେ ଆପଣଙ୍କର ଶରଣାପନ୍ନ । ଆପଣ ସଂକଟରେ ପଡ଼ିଥିବା ଭକ୍ତମାନଙ୍କୁ କିପରି ରକ୍ଷା କରନ୍ତି ସେହି କଥା ଆମ୍ଭ ନିକଟରେ ପ୍ରକାଶ କରନ୍ତୁ । ଦେବତାମାନଙ୍କର ପ୍ରାର୍ଥନା ଶୁଣି ଦୁର୍ଗାଦେବୀ କହିଲେ – ହେ ଦେବଗଣ, ମୁଁ ଯେଉଁ କଥା ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରିବାକୁ ଯାଉଛି ତହ ଅତ୍ୟନ୍ତ ଦୁର୍ଲଭ ଅଟେ । ମୋର ବତିଶିଟି ନାମମାଳା ସମସ୍ତ ବିପଦକୁ ବିନାଶ କରି ଭକ୍ତର ସଂକଟମୋଚନ କରିଥାଏ । ତ୍ରିଭୁବନରେ ଏପରି ଦୁର୍ଲଭ ସ୍ତୁତି କିଛି ନାହିଁ । ଏହା ଖୁବ୍ ଗୋପନୀୟ । ଏହିସ୍ତୁତି ମନଦେଇ ଶ୍ରବଣ କର । ଏହି ସ୍ତୁତିଟି ହେଲା –
ଗୋପାଳ ଚନ୍ଦ୍ର ପ୍ରହରାଜ (୧୮୭୪-୧୯୪୫) ଜଣେ ଖ୍ୟାତନାମା ଓଡ଼ିଆ ଭାଷାବିଦ, ଲେଖକ ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ଏକ ସମ୍ଭ୍ରାନ୍ତ ଜମିଦାର ବ୍ରାହ୍ମଣ ପରିବାରରେ ହୋଇଥିଲା । ପେଷାରେ ଜଣେ ଓକିଲ ହୋଇଥିଲେ ମଧ୍ୟ ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।
ସ୍କନ୍ଦ ପୁରାଣ, ପୁରାଣ ମାନଙ୍କରେ ସବୁଠାରୁ ବଡ଼ ପୁରାଣ ଅଟେ । ଏହି ପୁରାଣରେ ୮୮୧୦୦ ଶ୍ଲୋକ ଅଛି । ଏହି ପୁରାଣକୁ ସ୍କନ୍ଦ, ଶିବ ଓ ପାର୍ବତୀଙ୍କ ପୁତ୍ର କାର୍ତ୍ତିକେୟ କହିଥିବାରୁ ଏହାର ନାମ ତାଙ୍କ ଅନୁସାରେ ସ୍କନ୍ଦ ଦିଆଯାଇଥିଲା । ଏହା ସାତଟି ଖଣ୍ଡରେ ବିଭକ୍ତ ଅଟେ - ମହେଶ୍ୱର, ବୈଷ୍ଣବ, ବ୍ରହ୍ମା, କାଶୀ, ଅବନ୍ତି, ନଗର ଓ ପ୍ରଭାସ । କାର୍ତ୍ତିକ ଦେବତାଙ୍କ ସେନାକୁ ନିୟନ୍ତ୍ରଣ କରୁଥିଲେ ଓ ତାଡ଼କାସୁରକୁ ମାରିଥିଲେ । ସଂସ୍କୃତ ପୁରାଣମାନଙ୍କ ମଧ୍ୟରୁ କେବଳ ସ୍କନ୍ଦ ପୁରାଣର ଉତ୍କଳ ଖଣ୍ଡ (ବା ପୁରୁଷୋତ୍ତମ କ୍ଷେତ୍ର ମାହାତ୍ମ୍ୟ)ରେ ପୁରୁଷୋତ୍ତମ କ୍ଷେତ୍ର ମାହାତ୍ମ୍ୟର ବିଷୟବସ୍ତୁ ଓ ମହାପ୍ରଭୁ ଜଗନ୍ନାଥ ଚରିତର ତୁଳନାତ୍ମକ ଭାବରେ ବିସ୍ତୃତ ବର୍ଣ୍ଣନା ରହିଛି । ମହର୍ଷି ବ୍ୟାସଦେବ ସ୍କନ୍ଦ ପୁରାଣର ପ୍ରଣେତା ହେଲେ ହେଁ ଉତ୍କଳ ଖଣ୍ଡର ରଚନା ପରବର୍ତ୍ତୀ କାଳରେ ହୋଇଥିବା ଜଣାଯାଏ । ବିଦ୍ୱାନ ଲେଖକ ତଥା ଗବେଷକମାନଙ୍କ ମତକୁ ବିଚାରକୁ ନେଇ ଏହି ଖଣ୍ଡର ରଚନାକାଳ ୮୦୦ରୁ ୧୩୦୦ ଖ୍ରୀଷ୍ଟାବ୍ଦ ମଧ୍ୟରେ ସ୍ଥିର କରାଯାଇପାରେ ।
ଚର୍ଚ୍ଚିକା ମନ୍ଦିର କଟକ ଜିଲ୍ଲାର, ବାଙ୍କୀ ସହରରେ ଥିବା ଏକ ପ୍ରାଚୀନ ଶକ୍ତି ପୀଠ । ଏହି ଶକ୍ତିପୀଠଟି ରେଣୁକା ନଦୀ କୂଳରେ ଥିବା ଋଚିକ ପର୍ବତରେ ଅବସ୍ଥିତ । ଏହାର ଅଧିଷ୍ଠାତ୍ରୀ ଦେବୀ ହେଉଛନ୍ତି "ମା" ଚର୍ଚ୍ଚିକା ଠାକୁରାଣୀ । ଚର୍ଚ୍ଚିକାଙ୍କ ମୂର୍ତ୍ତିଟି ପର୍ଶୁରାମଙ୍କଦ୍ଵାରା ତିଆରି କରାଯାଇଥିବା ବିଶ୍ଵାସ କରାଯାଏ । ମହାନଦୀ କୂଳରେ ଅଷ୍ଟଭୁଜା ଚାମୁଣ୍ଡା ରୂପରେ ପୂଜା ପାଉଛନ୍ତି ମା’ ଚର୍ଚ୍ଚିକା I ଅଷ୍ଟଭୁଜରେ ମା’ ଧାରଣ କରିଛନ୍ତି ଖଡ୍ଗ, ତ୍ରିଶୂଳ, ସର୍ପ, ଅଙ୍କୁଶ, ଅକ୍ଷମାଳ, ଛିନ୍ନମସ୍ତକ ଓ ଡମ୍ବରୁ I ପୁଣି ଗୋଟିଏ ହାତର କନିଷ୍ଠ ଅଙ୍ଗୁଳିକୁ କାମୁଡ଼ି ଧରିଛନ୍ତି ଦନ୍ତରେ I ତାଙ୍କ ଗ୍ରୀବାରେ ନରମୁଣ୍ଡ ମାଳା ପଡ଼ିଥିବାରୁ ଏବଂ ସେ ଉଲଂଗୀ ହୋଇ ଶବ ଉପରେ ଉପବିଷ୍ଟ ହୋଇଥିବାରୁ ତାଙ୍କୁ ଚାମୁଣ୍ଡା ଭାବେ ଗ୍ରହଣ କରାଯାଇଛି I ମା’ ଚର୍ଚ୍ଚିକାଙ୍କ ପୀଠରେ ମହାଷ୍ଟମୀ ଓ ମହା ନବମୀରେ ବଳି ପରମ୍ପରା ପ୍ରଚଳିତ I ମନ୍ଦିର ବେଢାରେ ପୂଜା ପାଉଥିବା ମା’ ମଙ୍ଗଳାଙ୍କ ନିକଟରେ ପଶୁବଳି ଦିଆଯିବା ପରେ ବଳିପଶୁର କଟାମୁଣ୍ଡ ଓ ରକ୍ତକୁ କିଛି ମାଟି ପାତ୍ରରେ ସଂଗ୍ରହ କରି ଚର୍ଚ୍ଚିକାଙ୍କୁ ଅର୍ପଣ କରାଯାଏ I ରାଜଗୁରୁମାନେ ଏଠାରେ ଶାରଦୀୟ ଷୋଳପୂଜା ସମ୍ପାଦନ କରିଥାନ୍ତି I ଏଠାରେ ଠାକୁରାଣୀଙ୍କ ଗମ୍ଭୀରା ଭିତରକୁ ସର୍ବସାଧାରଣ ପ୍ରବେଶ ସଂପୂର୍ଣ୍ଣ ମନା I କେବଳ ପୁରୀର ଗଜପତି ମହାରାଜା, ବାଙ୍କୀ ରାଜା ଏବଂ ମନ୍ଦିର ସହ ସଂପୃକ୍ତ ସେବାୟତମାନେ ଗମ୍ଭୀରା ଭିତରକୁ ଯାଇଥାନ୍ତି I
ପଞ୍ଚଲିଙ୍ଗେଶ୍ଵର ଶିବ ମନ୍ଦିର ଓଡ଼ିଶାର ବାଲେଶ୍ଵର ଜିଲାର ନୀଳଗିରି ପାଖରେ ଥିବା ପଞ୍ଚଲିଙ୍ଗେଶ୍ଵରରେ ଅବସ୍ଥିତ । ଏହି ଲିଙ୍ଗଗୁଡ଼ିକର ଦର୍ଶନ କରିବା ପାଇଁ ଜଣକୁ ପାହାଡ଼଼ି ଚଟାଣ ଭିତରେ ବହିଯାଇଥିବା ଝରଣା ପାଣି ଦେଇ ହାତରେ ଛୁଇଁ ଜାଣିବାକୁ ପଡ଼ିବ । ଏଠାରେ ପାହାଡ଼଼ୀ ଝରଣା ଭିତରେ ପାଞ୍ଚୋଟି ଶିବଲିଙ୍ଗ ପୂଜାପାଉଛନ୍ତି ଯାହାଙ୍କ ନାମ ଅନୁସାରେ ଏହି ଜାଗାର ନାମ ପଞ୍ଚଲିଙ୍ଗେଶ୍ଵର ହୋଇଅଛି ।ବାଲେଶ୍ୱର ସମୁଦ୍ର ଉପକୂଳରେ ବଙ୍ଗୋପସାଗରର ବେଳାଭୂମିକୁ ସାମନ୍ତରାଳଭାବରେ କୁପାରୀ ଠାରୁ ନୀଳଗିରି ପର୍ଯ୍ୟନ୍ତ ପୂର୍ବଘାଟ ପର୍ବତମାଳା ଲମ୍ବିଆସିଛି । ୧୦୦୦ ଫୁଟ ଛୋଟ ଛୋଟ ପାହାଡ଼ "ଦେବଗିରି" ପର୍ବତମାଳାର ପଞ୍ଚେଲିଙ୍ଗେଶ୍ୱର ଏକ ଅଂଶ ବିଶେଷ । ଏହି ଶୈବପୀଠର ପାଦଦେଶରେ ଝରଣାଟିଏ ବହିଯାଇଛି । ଏହି ଜଳସ୍ରୋତ ମଧ୍ୟରେ ଅଦୃଶ୍ୟ ପାଞ୍ଚଗୋଟି ଲିଙ୍ଗ ହେଉଛନ୍ତି ପଞ୍ଚେଲିଙ୍ଗେଶ୍ୱର ପୀଠ । ଭକ୍ତମାନେ ଜଳସ୍ରୋତ ମଧ୍ୟରେ ପଞ୍ଚେଲିଙ୍ଗେଶ୍ୱରଙ୍କୁ ଦର୍ଶନ କରି ପୂଜାକରନ୍ତି । ପ୍ରସ୍ତର ଉପରେ ବସି ପୁଜକ ଶିବଲିଙ୍ଗ ପୂଜା କରିଥାନ୍ତି । ରାଜ୍ୟ ପର୍ଯ୍ୟଟନ ତରଫରୁ ଯାତ୍ରୀନିବାସର ଆନୁସାଙ୍ଗିକ ବ୍ୟବସ୍ଥା ମଧ୍ୟ ରହିଛି । ସରସ୍ୱତୀ ପୂଜା ସମୟରେ ପାଞ୍ଚ ଦିନ ବ୍ୟାପୀ ମେଳା ହୁଏ । ବହୁ ଲୋକ ଏଠାକୁ ଆସି ଦେବଦର୍ଶନ କରିଥାନ୍ତି ଓ ମନୋହାରୀ ଜିନିଷ କିଣିଥାନ୍ତି । ଦେବଗିରି ପର୍ବତର ଶିଖର ଦେଶରେ ମଣ୍ଡଳେଶ୍ୱରୀ ଦେବୀସ୍ଥାନ ରହିନ୍ତି । ଏହାଙ୍କୁ ବର୍ଷାଦେବୀ ମଧ୍ୟ କହାଯାଏ । ବର୍ଷା ନହେଲେ ଦେବୀଙ୍କୁ ପୂଜାକଲେ ବର୍ଷା ହୋଇଥାଏ ବୋଲି ଲୋକବିଶ୍ୱାସ ରହିଛି । ଦେବଗିରି ପର୍ବତମାଳା ପରିବେଷ୍ଟିତ ପର୍ବତର ଶୀର୍ଷଦେଶରୁ ମଙ୍ଗଳପୁର ପ୍ରାଚୀନ ପଥ ଓ ଦୁର୍ଗପର୍ଯ୍ୟନ୍ତ ଏକ ସୁଡ଼ଙ୍ଗ ରହିଛି । ଜନଶୃତି ଅଛି ଯେ ପଞ୍ଚଲିଙ୍ଗେଶ୍ୱର ପାହାଡ଼ର ପାଦଦେଶରୁ ଏହି ସୁଡଙ୍ଗ ରହିଛି ।
ଲକ୍ଷ୍ମୀ ଅଗ୍ରୱାଲ (ଜନ୍ମ ୧ ଜୁନ ୧୯୯୦) ଜଣେ ଭାରତୀୟ ଏସିଡ-ଆକ୍ରମଣ ପୀଡିତା ଯିଏ କି ପରବର୍ତ୍ତୀ ସମୟରେ "Stop Acid Attack" ଅଭିଯାନର ପ୍ରଚାରକ ଭାବେ ଏଭଳି ପୀଡିତା ମାନଙ୍କର ଚିକିତ୍ସା ତଥା ଥଇଥାନ ପାଇଁ କାର୍ଯ୍ୟ କରିଆସୁଛନ୍ତି । ଏସିଡ ବିକ୍ରି ଉପରେ କଟକଣା ଲାଗୁ କରିବା ନିମନ୍ତେ ସେ ୨୭,୦୦୦ ସମର୍ଥକଙ୍କ ହସ୍ତାକ୍ଷର ଏକତ୍ର କରି ଭାରତର୍ ସର୍ବୋଚ୍ଚ ନ୍ୟାୟାଳୟରେ ଏକ ଜନସ୍ୱାର୍ଥ ମାମଲା ମାଧ୍ୟମରେ ନ୍ୟାୟାଳୟଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ଫଳରେ ଉକ୍ତ ମାମଲାରେ ( ଲକ୍ଷ୍ମୀ ବନାମ ଭାରତ ସରକାର ) ସର୍ବୋଚ୍ଚ ନ୍ୟାୟାଳୟ ସମସ୍ତ ରାଜ୍ୟ ତଥା କେନ୍ଦ୍ର ଶାସିତ ଅଞ୍ଚଳକୁ ଏସିଡ ବିକ୍ରି ଉପରେ କଟକଣା ଜାରି କରିବା ସହ ଏଭଳି ମାମଲାର ତ୍ୱରିତ ଫଇସଲା ଦିଗରେ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଜାରି କରିଥିଲେ । ସଂପ୍ରତି ସେ "Chhanv Foundation" ନାମକ ଏକ ବେସରକାରୀ ସଂଗଠନର ନିର୍ଦ୍ଦେଶିକା ଅଛନ୍ତି ଯାହାକି ଏସିଡ-ଆକ୍ରମଣ ପୀଡିତାଙ୍କ ଥଇଥାନ ଦିଗରେ କାମ କରିଥାଏ ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ଵାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ମେଦ ବହୁଳତା ବା ଓବେସିଟି ଏକ ମେଡିକାଲ ରୋଗ ଯେଉଁଥିରେ ଅତ୍ୟଧିକ ଶରୀର ଚର୍ବି ଜମାହୋଇଯାଏ ଯାହା ସ୍ୱାସ୍ଥ୍ୟ ଉପରେ ପ୍ରତିକୁଳ ପ୍ରଭାବ ପକାଏ । ଯାହାର ବଡି ମାସ ଇଣ୍ଡେକ୍ସ (ବିଏମଆଇ) (ଲୋକର ଓଜନ ହରଣ ଲୋକର ମିଟରରେ ଉଚ୍ଚତାର ବର୍ଗ) ୩୦ରୁ ଅଧିକ ଥାଏ, ତାହାକୁ ମେଦ ବହୁଳତା କୁହାଯାଏ ଓ ୨୫ରୁ ୩୦ ଭିତରେ ଥିଲେ ଅଧିଭାର କୁହାଯାଏ । କେତେକ ପୂର୍ବ ଏସିଆ ଦେଶମାନଙ୍କରେ ଏହାଠାରୁ କମ ମୂଲ୍ୟାୟନ କରନ୍ତି । ମେଦ ବହୁଳତା ଥିଲେ ଅନେକ ରୋଗ ହେବା ସମ୍ଭାବନା ଥାଏ ଯଥା; ହୃତ୍ପିଣ୍ଡ ରୋଗ, ଡାଏବେଟିସ ୨, ଅବସ୍ଟ୍ରକ୍ଟିଭ ସ୍ଲିପ ଆପନିଆ, କେତେକ କର୍କଟ ଓ ଓଷ୍ଟିଓଆର୍ଥ୍ରାଇଟିସ ।ମେଦ ବହୁଳତାର କେତେକ ପ୍ରତିଶବ୍ଦମାନଙ୍କର ନାମ: ସ୍ଥୌଲ୍ୟତା, ମେଦୋବୃଦ୍ଧି, ସ୍ଥୁଳକାୟତ୍ତ୍ୱ, ନୁଦ୍ବୁଦ ବ୍ୟାଧିମେଦ ବହୁଳତା ହେବାର ଅନେକ କାରଣ ମଧ୍ୟରେ ଅତ୍ୟଧିକ ଶକ୍ତିଦାୟକ ଖାଦ୍ୟ, ଶାରୀରିକ ପରିଶ୍ରମର ଅଭାବ ଓ ଜେନେଟିକ ସମ୍ବେଦନଶୀଳତା ଉଲ୍ଲେଖନୀୟ । କେତେକ କେସ୍ରେ ଜିନ୍, ଅନ୍ତସ୍ରାବୀ ଗ୍ରନ୍ଥି ସମସ୍ୟା, ଔଷଧ ବା ମାନସିକ ବେମାରୀ ମୂଖ୍ୟ କାରଣ ହୋଇପାରେ । କେତେକ ମତରେ ଅଳ୍ପ ଖାଦ୍ୟ ଖାଇଲେ ମଧ୍ୟ ଏହି ରୋଗ ହୁଏ, ଏ ମତବାଦର ପ୍ରମାଣ ସାଧାରଣ ଭାବରେ ଅନୁମୋଦିତ ହୁଏ ନାହିଁ । ସାଧାରଣତଃ ମେଦ ବହୁଳ ଲୋକଙ୍କର ଶକ୍ତି କ୍ଷୟ ଅନ୍ୟମାନଙ୍କ ଅପେକ୍ଷା ଅଧିକ ହୁଏ କାରଣ ଏମାନଙ୍କର ବଡି ମାସ ନିମନ୍ତେ ଅଧିକ ଶକ୍ତି ଆବଶ୍ୟକ ହୁଏ ।ମେଦ ବହୁଳତାକୁ ସାମାଜିକ ଓ ବ୍ୟକ୍ତଗତ ପସନ୍ଦର ପରିବର୍ତ୍ତନ କରି ପ୍ରତିରୋଧ କରିହୁଏ । ଖାଦ୍ୟ ଓ ଶାରୀରିକ ବ୍ୟାୟାମଦ୍ୱାରା ଏହାର ମୂଖ୍ୟ ଚିକିତ୍ସା କରାଯାଏ । ଶକ୍ତି ସମ୍ପନ୍ନ ଖାଦ୍ୟ ଯେପରିକି ଚର୍ବି ଓ ଶର୍କରା ଜାତୀୟ ଖାଦ୍ୟ କମ୍ କରି ତନ୍ତୁ ଯୁକ୍ତ ଖାଦ୍ୟ ଅଧିକ ଖାଇଲେ ଖାଦ୍ୟର ଗୁଣବତ୍ତା ଉନ୍ନତ ହୁଏ । ଉପଯୁକ୍ତ ଖାଦ୍ୟ ସହିତ ଔଷଧ ଖାଇଲେ ଖାଦ୍ୟ ରୁଚି କମିଯାଏ ବା ଚର୍ବି ଅବଶୋଷଣ କମିଯାଏ । ଖାଦ୍ୟ, ବ୍ୟାୟାମ ଓ ଔଷଧ କାର୍ଯ୍ୟକାରୀ ନ ହେଲେ ଗ୍ୟାସ୍ଟ୍ରିକ ବେଲୁନ ବା ଅପରେଶନ କରି ପାକସ୍ଥଳୀର ଲମ୍ବ ଓ ପରିମାଣ ବା ଭଲ୍ୟୁମ କମେଇ ଦେଲେ ଶୀଘ୍ର ପେଟ ପୂର୍ଣ୍ଣ ଲାଗିବ ଓ ପୋଷକ ଅବଶୋଷଣ କମିଯିବ ।ମୃତ୍ୟୁର ଏକ କାରଣ ମେଦ ବହୁଳତାକୁ ପ୍ରତିରୋଧ କରାଯାଇ ପାରିବ । ମେଦାଳତା ଏକ ମୃତ୍ୟୁ ପ୍ରତିରୋଧକ୍ଷମ ଅବସ୍ଥା ଯାହା ପୃଥିବୀବ୍ୟାପି ବୟଃପ୍ରାପ୍ତ ଓ ପିଲାଙ୍କର ରୋଗ ହାରରେ ବୃଦ୍ଧି ଘଟୁଛି । ସନ ୨୦୧୪ରେ ୬୦୦ ନିୟୁତ ବୟସ୍କ (୧୩%) ଓ ୪୨ ନିୟୁତ ୫ ବର୍ଷ ବୟସରୁ କମ୍ ପିଲାଙ୍କର ମେଦାଳତା ହୋଇଥିଲା ।ଏହା ପୁରୁଷଙ୍କ ଅପେକ୍ଷା ମହିଳାଙ୍କୁ ଅଧିକ ହୁଏ । ବିଶାରଦ ମାନଙ୍କ ମତରେ ଏହା ଏକବିଂଶ ଶତାବ୍ଦୀର ଏକ ସାଂଘାତିକ ଜନସ୍ୱାସ୍ଥ୍ୟ ସମସ୍ୟା । ମେଦାଳତା ଏକ କଳଙ୍କ ରୂପେ ଆଧୁନିକ ପୃଥିବୀ ବିଶେଷତଃ ପଶ୍ଚିମ ପୃଥିବୀରେ ପରିଚିତ ଯଦିଓ ଏକ ସମୟରେ ଏହା ସମ୍ପତ୍ତି ଓ ପ୍ରଜନନକ୍ଷମ (fertility) ଅବସ୍ଥା ବୋଲି ବିବେଚିତ ହେଉଥିଲା ଓ ଅଦ୍ୟାବଧି କେତେକ ସ୍ଥାନରେ ହେଉଛି । ସନ ୨୦୧୩ରେ ଆମେରିକାଲ ମେଡିକାଲ ଆସୋସିଏସନ ଏହାକୁ ଏକ ରୋଗ ଶ୍ରେଣୀରେ ଅନ୍ତର୍ଭୁକ୍ତ କରିଛନ୍ତି ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ଲକ୍ଷ୍ମୀ ବନାମ ଭାରତ ସରକାର ହେଉଛି ୨୦୦୫ ମସିହାରେ ଏସିଡ-ଆକ୍ରମଣର ଶୀକାର ହୋଇଥିବା ପୀଡିତା ଲକ୍ଷ୍ମୀ ଅଗ୍ରୱାଲ ଦ୍ୱାରା ଭାରତର ସର୍ବୋଚ୍ଚ ନ୍ୟାୟାଳୟରେ ୨୦୦୬ ମସିହାରେ ଦାୟର ଏକ ଜନସ୍ୱାର୍ଥ ମାମଲା । ପୀଡିତା ଲକ୍ଷ୍ମୀର ଆବେଦନ କ୍ରମେ ଏସିଡ ଆକ୍ରମଣ ପୀଡିତାଙ୍କ ଚିକିତ୍ସା, କ୍ଷତିପୂରଣ ତଥା ଥଇଥାନ ସହିତ ଏସିଡ ବିକ୍ରି ଉପରେ କଡା କଟକଣା ଜାରୀ କରିବା ପାଇଁ ଉଚ୍ଚତମ ନ୍ୟାୟାଳୟ ସମସ୍ତ ରାଜ୍ୟ ତଥା କେନ୍ଦ୍ର ଶାସିତ ଅଞ୍ଚଳକୁ ନିର୍ଦ୍ଦେଶ ଦେଇଥିଲେ ।
କେତେକ ରୋଗ, ବିକଳାଙ୍ଗତା ଓ ସ୍ଵାସ୍ଥ୍ୟ ସମସ୍ୟା ଯାହା ଧନୀ ଲୋକଙ୍କଠାରେ ନ ହୋଇ କେବଳ ଗରୀବ ଲୋକଙ୍କଠାରେ ଦେଖାଯାଏ ସେଗୁଡିକର ସମଷ୍ଟିକୁ ଦାରିଦ୍ର୍ୟ ରୋଗ କୁହାଯାଏ । ଅନେକ କ୍ଷେତ୍ରରେ ଦାରିଦ୍ର୍ୟକୁ ଅନେକ ରୋଗର ସଙ୍କଟଦାୟୀ ଅବସ୍ଥା ବୋଲି ଧରାଯାଏ, ଯାହା ଅର୍ଥନୈତିକ ବିକାଶ ତଥା ଦାରିଦ୍ର୍ୟ ଦୂରିକରଣର ପ୍ରଧାନ ବାଧା କାରକ ରୁପେ ବିବେଚନା କରଯାଏ । ଅପପୁଷ୍ଟିରେ ଦାରିଦ୍ର୍ୟ ସର୍ବବ୍ୟାପି ଥାଏ ।
ବାଲୁଙ୍କେଶ୍ୱର ମନ୍ଦିର ଓଡ଼ିଶାର ଯାଜପୁର ଜିଲ୍ଲାର ଥିବା କଷବା-ଷାଠିବାଟିରେ ଅବସ୍ଥିତ ଏକ ପୁରାତନ ଶିବ ମନ୍ଦିର । ଏଠାରେ ବାଲୁଙ୍କେଶ୍ୱର ପୂଜା ପାଇଥାନ୍ତି । ଆଗରୁ କଷବା ଓ ଷାଠିବାଟିରେ ବହୁଥିବା ଜୁଣେଇ ନଦୀର ଶୁଖିଲା ଶଯ୍ୟାରେ ଏହି ମନ୍ଦିରଟି ସ୍ଥାପନ ହୋଇଥିଲା । ଏହା ଏକାଦଶ ଶତାବ୍ଦୀରେ ସ୍ଥାପିତ ହୋଇଥିଲା । ଯାଜପୁରର କଇଆଁଗୋଲା ରାସ୍ତାର ମଙ୍ଗଳପୁରଠାରୁ ବଡକୁଆଁଲ ରାସ୍ତାରେ ୧.୫ କି.ମି.ଗଲେ ଥାଲକୁଡ଼ି ପଞ୍ଚାୟତର କଷବା ଏବଂ ପାଲଟପୁର ପଞ୍ଚାୟତର ଷାଠିବାଟିରେ ବାଲୁଙ୍କେଶ୍ୱର ମନ୍ଦିର ରହିଛି ।
ଦୂତୀ ବାହନ ଓଷା (ଦୁତିଆ ଓଷା, ଦୂତୀଆ ଓଷା, ପୁଅ ଜିଉଁତିଆ ଓଷା, ଦୁତିବାମନ ଓଷା ବା ଜୀମୂତବାହନ ଉପବାସ ନାମରେ ମଧ୍ୟ ଜଣା) ଓଡ଼ିଶାରେ ପାଳିତ ଏକ ଓଷା । ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଏହା ଭିନ୍ନ ଭିନ୍ନ ନାମରେ ଜଣାଶୁଣା । ଓଡ଼ିଶାର ପଶ୍ଚିମାଞ୍ଚଳରେ ଏହା "ପୁଅ ଜିଉଁତିଆ" ନାମରେ ଏକ ମୁଖ୍ୟ ଓଷା ଭାବେ ପାଳିତ ହେଉଥିବା ବେଳେ ବାକି କେତେକ ସ୍ଥାନରେ "ଦୁତିଆ/ଦୂତୀଆ" ବା "ଦୂତୀ ବାହନ ଓଷା" ନାମରେ ପାଳିତ । ଜନନୀମାନେ ପୁଅର ଦୀର୍ଘ ଜୀବନ କାମନା କରି ଏବଂ ବିବାହିତା ନାରୀ, ବନ୍ଧ୍ୟା ଓ ପୁତ୍ରହରା ନାରୀମାନେ ପୁତ୍ରଲାଭ କରିବା ଆଶାରେ ଏହି ନିର୍ଜଳା ଉପବାସ କରି ଓଷା ପାଳନ କରିଥାନ୍ତି । ଏହା ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ପାଳିଯତ ହୋଇଥାଏ । ଏହି ଦିନ ମା'ମାନେ ସାରାଦିନ ଜଳସ୍ପର୍ଶ ନ କରି ଉପବାସ କରିଥାନ୍ତି । କେତେକ ସ୍ଥାନରେ ଭାଇମାନଙ୍କର ଶୁଭମନାସୀ ଭଉଣୀମାନେ ଏ ପ୍ରକାର ଓଷା କରୁଥିବାର ଦୃଷ୍ଟାନ୍ତ ରହିଛି ।
ବିଶ୍ଵନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କ ଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ଵବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ଵବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଭାରତ ହେଉଛି ବିଶ୍ଵର ସର୍ବ ବୃହତ୍ ଗଣତାନ୍ତ୍ରିକ ରାଷ୍ଟ୍ର । ଗଣତନ୍ତ୍ରରେ ସରକାରର ୩ଟି ଅଙ୍ଗ ବା ଶାଖା ଥାଏ, ଯଥା ବ୍ୟବସ୍ଥାପକ ସଭା, କାର୍ଯ୍ୟପାଳିକା ଓ ନ୍ୟାୟପାଳିକା । ବ୍ୟବସ୍ଥାପକ ସଭା ଆଇନ ପ୍ରଣୟନ କରୁଥିବାବେଳେ କାର୍ଯ୍ୟପାଳିକା ଏହାକୁ କାର୍ଯ୍ୟକାରୀ କରେ । ସେହିପରି ବିଚାରବିଭାଗ ଏହି ଆଇନ ଗୁଡିକର ତର୍ଜମା, ବ୍ୟାଖ୍ୟା ଓ ସମୀକ୍ଷା କରେ ତଥା ଦୋଷୀକୁ ଦଣ୍ଡବିଧାନ କରେ ।
ରମେଶ ପ୍ରସାଦ ମହାପାତ୍ର (୧ ଅକ୍ଟୋବର ୧୯୩୯ – ୧୪ ଜାନୁଆରୀ ୧୯୮୯) ଜଣେ ପ୍ରତ୍ନତତ୍ତ୍ୱବିଦ୍ ଓ ଓଡ଼ିଶା ଅଧ୍ୟୟନର ଗବେଷକ ଥିଲେ । ଓଡ଼ିଶା ରାଜ୍ୟ ସଂଗ୍ରହାଳୟର ପ୍ରତ୍ନତତ୍ତ୍ୱ ବିଭାଗରେ ସନ ୧୯୬୩ରୁ ୧୯୮୯ ପର୍ଯ୍ୟନ୍ତ ସେ କ୍ୟୁରେଟର ଥିଲେ । ସେହି ସମୟରେ ପ୍ରତ୍ନତତ୍ତ୍ୱ କ୍ଷେତ୍ର, କଳା ଇତିହାସ, ଧର୍ମ ଓ ଓଡ଼ିଶା ସଂସ୍କୃତିର ଅନ୍ୟାନ୍ୟ ଦିଗମାନଙ୍କ ଉପରେ ଐତିହାସିକ ଗବେଷଣା କରି ଅନେକ ମହତ୍ତ୍ୱପୂର୍ଣ୍ଣ ଅବଦାନ ଦେଇଥିଲେ ।
କମ୍ପୁଟର ସଫ୍ଟୱେର କିମ୍ବା ସଫ୍ଟୱେର, କମ୍ପ୍ୟୁଟର ପ୍ରୋଗ୍ରାମ, ଲାଇବ୍ରେରି ଏବଂ ସେମାନଙ୍କ ସମ୍ବନ୍ଧିତ ନଥିକରଣକୁ ନେଇ ଗଠିତ । "ସଫ୍ଟୱେର" ଶବ୍ଦଟି କେବେ କେବେ ସଙ୍କୁଚିତ ଅର୍ଥରେ ଆପ୍ଲିକେସନ ସଫ୍ଟୱେରକୁ ମଧ୍ୟ ବୁଝାଇଥାଏ । ସଫ୍ଟୱେର କମ୍ପ୍ୟୁଟର ମେମୋରିରେ ସାଇତା ହୋଇ ରହିଥାଏ ଏବଂ ଏହାକୁ କେହି ଛୁଇଁପାରିବେ ନାହିଁ ।ନିମ୍ନତମ ସୋପାନରେ, ଏକ୍ସକ୍ୟୁଟ କରାହୋଇପାରିବା କୋଡ଼ସମୂହ ଏକ ନିର୍ଦ୍ଦିଷ୍ଟ ପ୍ରସେସର– ସାଧାରଣତଃ ଏକ ସେଣ୍ଟ୍ରାଲ ପ୍ରୋସେସିଙ୍ଗ ୟୁନିଟ (ସିପିୟୁ) ସହ ସମ୍ବନ୍ଧିତ ମେସିନ ଲାଙ୍ଗୁଏଜକୁ ନେଇ ଗଠିତ । ଏକ ମେସିନ ଲାଙ୍ଗୁଏଜ ପ୍ରୋସେସର ସୂଚନାକୁ ସୂଚାଉଥିବା ବାଇନାରି ମୂଲ୍ୟକୁ ନେଇ ଗଠିତ ଦଳମାନଙ୍କୁ ନେଇ ତିଆରି । ଏହି ମୂଲ୍ୟସବୁ କମ୍ପ୍ୟୁଟରର ପୂର୍ବ ଅବସ୍ଥାକୁ ବଦଳାଇଥାଏ ।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ଵର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ଵ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ଵାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।