ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଭାରତର ୫ମ ଲୋକ ସଭାକୁ ୧୯୭୧ ମସିହା ସାଧାରଣ ନିର୍ବାଚନରେ ନିର୍ବାଚିତ ସଭ୍ୟମାନେ ଯାଇଥିଲେ । ଏହି ଲୋକ ସଭାର ସମୟସୀମା ଥିଲା ୧୫ ମାର୍ଚ୍ଚ ୧୯୭୧ରୁ ୧୮ ଜାନୁଆରୀ ୧୯୭୭ । ଭାରତୀୟ ସଂସଦର ଦୁଇଟି ବିଭାଗ ମଧ୍ୟରୁ ଲୋକସଭା ହେଉଛି ସିଧାସଳଖ ଲୋକମାନଙ୍କ ଦ୍ୱାରା ନିର୍ବାଚିତ ସଭ୍ୟଙ୍କ ସଭାଗୃହ ବା ସଂସଦର ତଳ ସଦନ । ୧୯୭୧ ମସିହାର ସାଧାରଣ ନିର୍ବାଚନ ପରେ ସଂସଦର ରାଜ୍ୟ ସଭାରେ ଥିବା ୪ ଜଣ ସାଂସଦ ଲୋସଭାକୁ ନିର୍ବାଚିତ ହୋଇଥିଲେ ।ଇନ୍ଦିରା ଗାନ୍ଧୀ ଏହାର ପୂର୍ବ ୪ର୍ଥ ଲୋକ ସଭାର ପ୍ରଧାନମନ୍ତ୍ରୀ ଥିଲେ । ଏହି ଲୋକସଭାର ପରବର୍ତ୍ତୀ ୬ଷ୍ଠ ଲୋକ ସଭା ପାଇଁ ୧୯୭୭ରେ ହୋଇଥିବା ସାଧାରଣ ନିର୍ବାଚନରେ କଂଗ୍ରେସ ଦଳ ୨୧୭ଟି ଆସନରେ ପରାଜିତ ହୋଇଥିଲା ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଦୁର୍ଗା ପୂଜା ହିନ୍ଦୁଧର୍ମାବଲମ୍ବୀମାନଙ୍କର ତଥା ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହି ପର୍ବର ଶେଷ ଦିନଟିକୁ ଦଶହରା ବା ବିଜୟା ଦଶମୀ ନାମରେ ପରିଚିତ । ଦୁର୍ଗା ପୂଜା ଶକ୍ତି ଉପାସନାର ପର୍ବ । ଏହା ବିଭିନ୍ନ କୁଳାଚାର ମତେ ଷୋଳଦିନ, ନଅଦିନ ବା ତିନିଦିନ ଧରି ପାଳିତ ହୁଏ । ମୁଖ୍ୟତଃ ଶରତ ଋତୁର ଆଶ୍ଵିନ ଶୁକ୍ଲପକ୍ଷ ପ୍ରତିପଦ ଠାରୁ ନବମୀ ବିଶେଷଭାବେ ଦେବୀଙ୍କ ପୂଜନର ପ୍ରକୃଷ୍ଟ ସମୟ ହୋଇଥିଲେ ହେଁ ଚୈତ୍ର ଶୁକ୍ଲ ପକ୍ଷରେ ମଧ୍ୟ ଏହା ବାସନ୍ତୀ ନବରାତ୍ର ରୂପେ ପାଳନ କରାଯାଇଥାଏ । ଦେବୀ ପୁରାଣ ଓ କାଳିକା ପୁରାଣରେ ଦୁର୍ଗାପୂଜାକୁ ଶାରଦୀୟ ପାର୍ବଣ କୁହାଯାଉଥିବା ବେଳେ ମାର୍କଣ୍ଡେୟ ପୁରାଣରେ ବାର୍ଷିକୀ ଶାରଦ ପୂଜନ କୁହାଯାଏ । ଦେବୀ ଦୁର୍ଗା ଦୁଃଖନାଶିନୀ।ନବରାତ୍ରୀରେ ଦୁର୍ଗାଙ୍କୁ ଶ୍ରଦ୍ଧାର ସହ ପୂଜା କଲେ ଉପାସକ ନବଶକ୍ତି ପ୍ରାପ୍ତ ହେଇଥାନ୍ତି । ଶାରଦୀୟ ନବରାତ୍ରୀ କାଳରେ ବ୍ରହ୍ମାଣ୍ଡର ସମସ୍ତ ଗ୍ରହ ସକ୍ରିୟ ଥିବାରୁ ଶକ୍ତି ଉପାସକଙ୍କର କୈଣସି ଅନିଷ୍ଟ ହୁଏନାହିଁ । ଦୁର୍ଗାଙ୍କର ଏହି ନବଶକ୍ତି ଜାଗ୍ରତ କରିବା ପାଇଁ ନବାର୍ଣ୍ଣ ବା ନବାକ୍ଷରୀ ମନ୍ତ୍ର ଜପ କରିବା ପାଇଁ ପରାମର୍ଶ ଦିଆଯାଇଛି । ନବର ଅର୍ଥ ନଅ ଓ ଅର୍ଣର ଅର୍ଥ ଅକ୍ଷର । ନବାର୍ଣ୍ଣ ମନ୍ତ୍ରଟି ହେଉଛି - ଐଂ ହ୍ଲୀଂ କ୍ଲୀଂ ଚାମୁଣ୍ଡାୟୈ ବିଚ୍ଚେ।ଏହି ମନ୍ତ୍ରର ପ୍ରତ୍ୟେକ ଅକ୍ଷର ଦୁର୍ଗାଙ୍କ ଗୋଟିଏ ଗୋଟିଏ ଶକ୍ତିର ପରିଚାୟକ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
କୁମାର ପୂର୍ଣ୍ଣିମା ଓଡ଼ିଶାର ଏକ ବିଶେଷ ପର୍ବ । ଏହା କୁମାରୋତ୍ସବ ବା କୋଜାଗର ପୂର୍ଣ୍ଣିମା ନାମରେ ମଧ୍ୟ ଜଣାଶୁଣା । ଆଶ୍ୱିନ ମାସ ପୂର୍ଣ୍ଣିମା ତିଥିରେ ଏହି ପର୍ବଟି ପାଳିତ ହୁଏ । ଏହି ପୂର୍ଣ୍ଣିମା ଶରତ ଋତୁରେ ପଡ଼ୁଥିବାରୁ କେତେକ ସ୍ଥାନରେ ଏହାକୁ ଶରତ ପୂର୍ଣ୍ଣିମା ମଧ୍ୟ କୁହାଯାଏ । ଏହିଦିନ ଜଗନ୍ମାତା ମା’ ଲକ୍ଷ୍ମୀ ଦେବୀଙ୍କର ଆରାଧନା କରାଯାଉଥିବାରୁ ଏହାକୁ ଗଜଲକ୍ଷ୍ମୀ ପୂଜା ବା କୋଜାଗାର ଲକ୍ଷ୍ମୀ ପୂଜା ମଧ୍ୟ କୁହାଯାଏ । ଏହି ଦିନ ଓଡ଼ିଶାବାସୀ ତୁଳସୀ ଚଉରା, ଗଜଲକ୍ଷ୍ମୀ, ଚନ୍ଦ୍ର, ସୂର୍ଯ୍ୟ ଓ କାର୍ତ୍ତିକଙ୍କର ପୂଜା ଆରାଧନା କରି ନିଜର ସୁଖ, ସୌଭାଗ୍ୟ, ଯଶ, ଧନ ଓ ପୌରୁଷ କାମନା କରିଥାନ୍ତି । ଓଡ଼ିଶାରେ ଏହି ପର୍ବ ସାଧାରଣତଃ କୁମାରୀ କନ୍ୟାମାନେ କାର୍ତ୍ତିକେୟଙ୍କ ଭଳି ସୁନ୍ଦର ଜୀବନସାଥୀ ପାଇବା ପାଇଁ କରିଥାନ୍ତି । ତେବେ ମହାରାଷ୍ଟ୍ର, ପଶ୍ଚିମ ବଙ୍ଗ, ଗୁଜରାଟ ଭଳି ଭାରତର ଅନ୍ୟାନ୍ୟ ରାଜ୍ୟରେ ସ୍ତ୍ରୀ ପୁରୁଷ ନିର୍ବିଶେଷରେ ସମସ୍ତେ ଏହି ପର୍ବକୁ ପାଳନ କରିଥାନ୍ତି । ଏହି ଦିନ ଚନ୍ଦ୍ର ପୃଥିବୀର ନିକଟତମ ସ୍ଥିତିରେ ଥାଏ ଏବଂ ଚନ୍ଦ୍ର କିରଣ ମଣିଷର ସ୍ୱାସ୍ଥ୍ୟ ଓ ଚିନ୍ତାଧାରା ଉପରେ ସକରାତ୍ମକ ପ୍ରଭାବ ପକାଇଥାଏ ବୋଲି ବିଶ୍ୱାସ ରହିଛି । ତେଣୁ ଏହି ଦିନଟିକୁ ଭାରତର ବିଭିନ୍ନ ପ୍ରାନ୍ତରେ ଖୁବ୍ ଆଡ଼ମ୍ବର ସହକାରେ ପାଳନ କରାଯାଇଥାଏ ।
ଦୁର୍ଗା ପୂଜା ଆଶ୍ଵିନ ମାସରେ ହିନ୍ଦୁମାନେ ପାଳନ କରୁଥିବା ଏକ ଉତ୍ସବ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନହେଲେ ସେତେବେଳେ ବ୍ରହ୍ମା, ଶ୍ରୀବିଷ୍ଣୁ ଓ ଶିବଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜଦ୍ଵାରା ଦୁର୍ଗାଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳଦ୍ଵାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଗଦ୍ଵାରା ଶିରଚ୍ଛେଦ କଲେ । ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ ।
ପଶ୍ଚିମ ଓଡ଼ିଶା ( ଇଂରାଜୀ : Western Odisha ) ଓଡ଼ିଶାର କଳାହାଣ୍ଡି ଜିଲ୍ଲାରୁ ଆରମ୍ଭ କରି ସୁନ୍ଦରଗଡ଼ ଜିଲ୍ଲା ପର୍ଯ୍ୟନ୍ତ ପରିବ୍ୟାପ୍ତ ଭୂଖଣ୍ଡକୁ ପଶ୍ଚିମ ଓଡ଼ିଶା କୁହା ଯାଏ । ଏହି ଅଞ୍ଚଳ ଭିତରେ ସମ୍ବଲପୁର ଜିଲ୍ଲା, ବଲାଙ୍ଗୀର , ବରଗଡ଼, ଦେବଗଡ଼ , ଝାରସୁଗୁଡା , କଳାହାଣ୍ଡି , ବୌଦ, ସୁନ୍ଦରଗଡ଼ ନୂଆପଡ଼ା ,ସୁବର୍ଣ୍ଣପୁର ଜିଲ୍ଲା ( ସୋନପୁର) ଜିଲ୍ଲା ସମୂହ ସହ ଅନୁଗୁଳ ଜିଲ୍ଲାର ଆଠମଲ୍ଲିକ ସବ ଡିଭିଜନ ଅନ୍ତର୍ଭୁକ୍ତ । ଏହାକୁ କୋଶଳ ଅଞ୍ଚଳ ବୋଲି କହାଯାଏ । ପଞ୍ଚମ ଶତାବ୍ଦୀ ପୂର୍ବରୁ ଏହି ଅଞ୍ଚଳ ଦକ୍ଷିଣ କୋଶଳ ନାମରେ ପରିଚିତ ଥିଲା ଏବଂ ଏହା ଏକ ବିଶାଳ ଭୌଗୋଳିକ ଅଞ୍ଚଳ ଥିଲା । ଏହା କୃଷିପ୍ରଧାନ ଅଞ୍ଚଳ ଭାବରେ ଏକ ସାଂସ୍କୃତିକ ସମନ୍ନ୍ୟୟ ପୂର୍ଣ ଅଞ୍ଚଳ ଥିଲା । ଏବେ କଳାହାଣ୍ଡି , କୋରାପୁଟ ଓ ବଲାଙ୍ଗିର ମରୁଡ଼ି ପ୍ରବଣ ଜିଲ୍ଲା ଭାବେ KBK ନାମରେ ଚିହ୍ନିତ ହେଇ ଅନେକ ବର୍ଷ ହେଲା କେନ୍ଦ୍ର ତଥା ରାଜ୍ୟ ସରକାରଙ୍କଦ୍ଵାରା ସ୍ଵତନ୍ତ୍ର ସାହାଯ୍ୟ ପ୍ରାପ୍ତ ହେଇଥିଲେ ମଧ୍ୟ ଖୁବ ଦରିଦ୍ର ଓ ଅନା ଟନ ଭିତରେ ଏହାର ଅଧିକାଂଶ ଅଧିବାସୀ ରହିଛନ୍ତି । ପୁଣି ପୁରା ପଶ୍ଚିମ ଓଡ଼ିଶାର ବିକାଶ ପାଇଁ ରାଜ୍ୟ ସରକାର ସ୍ଵତନ୍ତ୍ର 'ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ' ( WODC ) ଗଠନ କରିଛନ୍ତି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ସ୍ତନ କର୍କଟ (ଇଂରାଜୀରେ Breast cancer) ରୋଗ ସ୍ତନ ତନ୍ତୁରୁ ବାହାରୁଥିବା ଏକ କର୍କଟ ରୋଗର ନାମ । ସ୍ତନ ଭିତରେ ଗୋଟାଳି ବାହାରିବା, ସ୍ତନ ଆକାରରେ ପରିବର୍ତ୍ତନ ଆସିବା ଓ କ୍ଷୁଦ୍ର ଗାତ ଦେଖାଯିବା। ସ୍ତନାଗ୍ରରୁ ତରଳ ପଦାର୍ଥ ବାହାରିବା ଓ ଚମରେ ଲାଲ କାତି ଚକଡ଼ା ଦେଖାଯିବା ଇତ୍ୟାଦି ଲକ୍ଷଣ ସମସ୍ତ ଏହି ରୋଗରେ ଦେଖାଯାଏ । ଦୂରବର୍ତ୍ତୀ ବ୍ୟାପନ ହେଲେ ହାଡ଼ ଯନ୍ତ୍ରଣା, ଲସିକା ଗ୍ରନ୍ଥି ଫୁଲା, ଛୋଟ ଶ୍ୱାସ କ୍ରିୟା କିମ୍ବା ହଳଦିଆ ଚମ ଲକ୍ଷଣମାନ ଦେଖାଯାଏ ।ସ୍ତନ କର୍କଟ ରୋଗର ସଙ୍କଟାବସ୍ଥାମାନଙ୍କ ନାମ: ସ୍ଥୌଲତା ବା ମୋଟାପଣ, ବ୍ୟାୟାମ ଅଭାବ, ମଦ୍ୟପାନ, ଋତୁବନ୍ଦ ସମୟରେ ହରମୋନ ପ୍ରତିସ୍ଥାପନ, ଆୟୋନାଇଜିଙ୍ଗ ରାଡିଏସନ, ଅଳ୍ପ ବୟସରେ ଋତୁଦର୍ଶନ(menarche), ଡେରିରେ ବା ଆଦୌ ଛୁଆ ନ ହେବା । ପ୍ରାୟ ୫ରୁ ୧୦ % ବଂଶାନୁକ୍ରମିକ ଭାବେ ପିତାମାତାଙ୍କ ଜିନରୁ (BRCA1 ଓ BRCA2) ଆସେ । କ୍ଷୀର ତିଆରି ହେଉଥିବା ଲୋବ୍ୟୁଲ ଓ କ୍ଷୀରବାହିନଳୀର ଜୀବକୋଷରୁ ଆରମ୍ଭ ହୁଏ । କ୍ଷୀରନଳୀରୁ ହେଉଥିବା କର୍କଟକୁ ଡକ୍ଟାଲ କର୍କଟ ଓ [[ଲୋବ୍ୟୁଲରୁ ହେଉଥିବା କର୍କଟକୁ ଲୋବ୍ୟୁଲାର କର୍କତ କୁହାଯାଏ । ଏହା ବ୍ୟତୀତ ୧୮ ପ୍ରକାର ଅନ୍ୟ ସ୍ତନ କର୍କଟ ହୁଏ । ସ୍ଥିତାବସ୍ଥା-ଡକ୍ଟାଲ କର୍କଟରୁ ମଧ୍ୟ କେତେକ କର୍କଟ ରୋଗ ହୁଏ । କର୍କଟ ଗୋଟାଳିରୁ ବାୟୋପ୍ସି ନେଇ ପରୀକ୍ଷା କରି ରୋଗ ନିଣ୍ଣୟ କରାଯାଏ । ଥରେ ରୋଗ ଜଣାପଡ଼ିଗଲେ ଏହାର ବ୍ୟାପିବା ଅବସ୍ଥା ନିମନ୍ତେ ଅଧିକ ପରୀକ୍ଷା କରାଯାଏ । ସ୍ତନ କର୍କଟ ରୋଗରେ ସ୍କ୍ରିନିଙ୍ଗର ଉପକାରିତା ଓ ଅପକାରିତାର ଚର୍ଚ୍ଚା ଦ୍ୱାନ୍ଦାତ୍ମକ ଅଟେ । ସନ ୨୦୧୩ର କକ୍ରେନ ସମୀକ୍ଷା ଅନୁସାରେ ଏହାର ସଠିକ ପ୍ରମାଣ ମିଳୁନାହିଁ । ସନ ୨୦୦୯ର ସମୀକ୍ଷା ଅନୁସାରେ ୟୁ ଏସ ସର୍ଭିସ ଟାସ୍କ ଫୋର୍ସ ସଂସ୍ଥା ୪୦ରୁ ୭୦ ବର୍ଷ ବୟସ୍କ ଲୋକ ଉପକାର ପାଆନ୍ତି, ତେଣୁ ଏହି ସଂସ୍ଥା ପ୍ରତି ଦୁଇ ବର୍ଷରେ ଥରେ ୫୦ରୁ ୭୪ ବର୍ଷ ବୟସ୍କ ଲୋକଙ୍କର ସ୍କ୍ରିନିଙ୍ଗ କରିବାକୁ ଉପଦେଶ ଦେଇଥିଲେ । ଅଧିକ ସଂକଟାପନ୍ନ ଲୋକଙ୍କୁ ଟାମୋକ୍ସିଫେନ କିମ୍ବ ରାଲୋକ୍ସିଫେନ ଔଷଧ ବ୍ୟବହାର କରି ଅଧିକ ସଙ୍କଟ ଥିବା ଲୋକଙ୍କର ସ୍ତନ କର୍କଟ ରୋଗକୁ ପ୍ରତିରୋଧ କରିବାକୁ ଚେଷ୍ଟା କରାଯାଏ । ଏହି ଲୋକମାନଙ୍କର ଉଭୟ ସ୍ତନ ଅପରେଶନଦ୍ୱାର ବାହାର କରିଦେଇ ରୋଗ ରୋକିବାକୁ ଉପଦେଶ ଦିଆଯାଏ । କର୍କଟ ରୋଗ ହୋଇସାରିଥିଲେ ଅପରେଶନ, ରାଡିଏସନ ଥେରାପି, କେମୋଥେରାପି କିମ୍ବା ଟାର୍ଗେଟେଡ ଥେରାପିଦ୍ୱାରା ଚିକିତ୍ସା କରାଯାଏ । ସ୍ତନ କର୍କଟର ପରିସ୍ଥିତି ନେଇ ଅପରେଶନ କରାଯାଏ; ସୁରକ୍ଷାତ୍ମକ ବା ସମ୍ପୁର୍ଣ୍ଣ ନିଷ୍କାସନ । ଅପରେଶନ ସମୟରେ ବା ପରେ ସ୍ତନର ପୁନନିର୍ମାଣ କରାଯାଇପାରେ । ପ୍ରାରମ୍ଭ ସ୍ଥାନରୁ ଅନ୍ୟ ସ୍ଥାନକୁ ବ୍ୟାପିଥିଲେ କେବଳ ଆରାମ ଓ ପରିବର୍ତ୍ତିତ ଜୀବନ ନିମନ୍ତେ ଚେଷ୍ଟା କରାଯାଏ । ସ୍ତନ କର୍କଟର ପ୍ରକାର, ଅଗ୍ରସର ବା ରୋଗ ସ୍ଟେଜ ଓ ରୋଗୀର ବୟସ ଉପରେ ଫଳାଫଳ ନିର୍ଭର କରେ । ବିକଶିତ ଦେଶମାନଙ୍କରେ ବଞ୍ଚିବା ହାର ଅଧିକ, ଆମେରିକା ଓ ଇଂଲଣ୍ଡରେ ପାଞ୍ଚ ବର୍ଷ ଆୟୁଷ ହାର ୮୦ %ରୁ ୯୦ % । ବିକାଶଶୀଳ ଦେଶମାନଙ୍କରେଏହି ଆୟୁଷ ହାର ଅତି କମ । ପୃଥିବୀରେ ମହିଳାମାନଙ୍କଠାରେ ହେଉଥିବା ସମୁଦାୟ କର୍କଟ ମଧ୍ୟରେ ସ୍ତନ କର୍କଟ ହାର ସର୍ବାଧିକ, ପ୍ରାୟ ୨୫ % । ସନ ୨୦୧୨ର ହିସାବ ଅନୁସାରେ ୧.୬୮ ନିୟୁତ ସ୍ତନ କର୍କଟ ହୋଇଥିଲା ଓ ୫୨୨,୦୦୦ ମୃତ୍ୟୁ ହୋଇଥିଲା । ବିକଶିତ ଦେଶମାନଙ୍କରେ ଏହି ରୋଗ ଅଧିକ ଦେଖାଯାଏ ଓ ପୁରୁଷମାନଙ୍କ ରୋଗ ଅପେକ୍ଷା ଏହା ୧୦୦ ଗୁଣ ଅଧିକ ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ଅର୍ଜୁନ ଚରଣ ସେଠୀ (ଜନ୍ମ: ୧୮ ସେପ୍ଟେମ୍ବର ୧୯୪୧, ବାଲେଶ୍ୱର) ଜଣେ ଭାରତୀୟ ରାଜନେତା ଏବଂ ବର୍ତ୍ତମାନ ବିଜୁ ଜନତା ଦଳର ସଭ୍ୟ । ୧୯୭୧ ମସିହାରେ ସେ ଭଦ୍ରକ ଲୋକ ସଭା ନିର୍ବାଚନ ମଣ୍ଡଳୀରୁ କଂଗ୍ରେସ ଦଳର ପ୍ରତିନିଧି ଭାବରେ ୫ମ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ । ଏହାପରେ ସେ ୧୯୮୦ ମସିହାରେ ୨ୟ ଥର ପାଇଁ କଂଗ୍ରେସ (ଆଇ) ଦଳରୁ ଭଦ୍ରକ ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିଲେ । ଏହାପରେ ୧୯୯୧ ମସିହାରେ ପୁଣିଥରେ ଭଦ୍ରକରୁ ଜନତା ଦଳର ପ୍ରତିନିଧି ଭାବରେ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ । ପରବର୍ତ୍ତୀ ସମୟରେ ସେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ଭଦ୍ରକ ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ୧୯୯୮, ୧୯୯୯, ୨୦୦୪, ୨୦୦୯ ଏବଂ ୨୦୧୪ରେ ନିର୍ବାଚିତ ହୋଇଥିଲେ । ଅଟଳ ବିହାରୀ ବାଜପେୟୀଙ୍କ ସରକାର ସମୟରେ ସେ ୨୦୦୦ରୁ ୨୦୦୪ ଯାଏଁ ଜଳ ବିଭାଗର ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ଦଶହରା ଓଡ଼ିଶାରେ ପାଳିତ ଏକ ଗଣପର୍ବ । ଓଡ଼ିଶା ଭଳି ବିଭିନ୍ନ ଭାରତୀୟ ରାଜ୍ୟରେ ଏହା ଦଶେରା, ନବରାତ୍ରି, ଦୁର୍ଗା ପୂଜା ନାମରେ ସମାନ ସମୟରେ ପାଳିତ । ଏହା ଆୟୁଧ ପୂଜା ବା ଅସ୍ତ୍ରପୂଜା ନାମରେ ଓଡ଼ିଶାରେ ଆଗରୁ ପାଳିତ ହେଉଥିଲା ଯାହା ପରେ ବଙ୍ଗରୁ ଆରମ୍ଭ ମାଟି ମୂର୍ତ୍ତି ନିର୍ମାଣ କରି ଦୁର୍ଗା ପୂଜା ଅଥବା ଉତ୍ତର ଭାରତରେ ପାଳିତ "ନବରାତ୍ରି" ସହିତ ପାଳିତ ହୋଇଆସୁଛି । ଦଶହରା ଅବସରରେ ଖଣ୍ଡା, ଢାଲ, ଲଙ୍ଗଳ ଲୁହା, କରଣୀ ଆଦି ବିଭିନ୍ନ ପାରମ୍ପାରିକ ଯନ୍ତ୍ର ଓ ଉପକରଣ ଆଦି ଏହି ଦିନ ପୂଜା କରାଯାଇଥାଏ । ଓଡ଼ିଶା ଏକ କୃଷିପ୍ରଧାନ ରାଜ୍ୟ ହୋଇଥିବାରୁ କୃଷିଭିତ୍ତିକ ଉପକରଣ ହଳ-ଲଙ୍ଗଳ, ଐତିହାସିକ ଯୁଦ୍ଧରେ ଅରି ପରାହତ ନିମନ୍ତେ ବ୍ୟବହାର ହୋଇଥିବାରୁ ଖଣ୍ଡା, ଢାଲ ଆଦି ଉପକରଣ ତଥା ନଥିକରଣରେ ମୁଖ୍ୟ ଭୂମିକା ନିଭାଇଥିବାରୁ କରଣୀ ଆଦି ଉପକରଣକୁ ଏହି ଦିନ ପୂଜା କରାଯାଇଥାଏ । ଏହା ଓଡ଼ିଶାର ବିଭିନ୍ନ ଜାତିର ଲୋକଙ୍କ କୌଳିକ ପେଷାର ଉପକରଣମାନଙ୍କ ପ୍ରତି ଅଙ୍ଗୀକାରବଦ୍ଧତାକୁ ଦର୍ଶାଇବା ନିମନ୍ତେ ପାଳିତ ହୋଇଥାଏ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ବଲାଙ୍ଗୀର ଜିଲ୍ଲାର ପାଟଣାଗଡ ଉପଖଣ୍ଡ ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ପର୍ବତର ପାଦଦେଶରେ ଥିବା ହରିଶଙ୍କର ଉଭୟ ଶୈବପୀଠ ଓ ପ୍ରାକୃତିକ ସୌନ୍ଦର୍ଯ୍ୟ ପାଇଁ ପ୍ରସିଦ୍ଧ । ଏହାର ଦୂରତା ସଦର ମହକୁମାରୁ ପ୍ରାୟ ୮୦ କି.ମି ହେବ । ଗନ୍ଧମାର୍ଦ୍ଦନ ପର୍ବତର ଉତ୍ତରାଞ୍ଚଳରେ ବରଗଡ଼ ଜିଲ୍ଲାର ପ୍ରସିଦ୍ଧ ନୃସିଂହନାଥ ମନ୍ଦିର ଥିବାବେଳେ ଦକ୍ଷିଣରେ ରହିଛି ହରିଶଙ୍କର । ଏହି ପୀଠରେ ହରି ଓ ଶଙ୍କର ଏକାଠି ପୂଜା ପାଉଥିବାରୁ ଏହି ପୀଠର ସ୍ଵତନ୍ତ୍ରତା ରହିଛି । ହରିଶଙ୍କର ମନ୍ଦିର ଏବଂ ନୃସିଂହନାଥ ମନ୍ଦିର ମଧ୍ୟରେ ଅବସ୍ଥିତ ମାଳଭୂମିରେ ବୌଦ୍ଧ ଧର୍ମାଲମ୍ବୀଙ୍କଦ୍ୱାରା ନିର୍ମାଣ କରାଯାଇଥିବା ଧ୍ୱସ୍ତବିଧ୍ୱସ୍ତ ଏକ ପ୍ରାଚୀନ ପରିମଳଗିରି ବିଶ୍ୱବିଦ୍ୟାଳୟ ରହିଛି ।
ସୀତେଶ ତ୍ରିପାଠୀ, ଜଣେ ଓଡ଼ିଆ ସାହିତ୍ୟିକ । ମୁଖ୍ୟତଃ ଗଳ୍ପ ଲେଖୁଥିବା ସୀତେଶ କବିତା ଓ ଅନୁବାଦ ସାହିତ୍ୟ ମଧ୍ୟ ଲେଖନ୍ତି । ୨୦୧୧ ମସିହାରେ ନିଜ ଅନୁବାଦ ପୁସ୍ତକ "ତେଜସ୍ୱିନୀ" ପାଇଁ ସେ "ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର" ଲାଭ କରିଛନ୍ତି ।ସୀତେଶ ୧୯୫୭ ମସିହାରେ କଟକର ସାଆନ୍ତ ସାହିରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପୈତୃକ ଗ୍ରାମ ଜଗତସିଂହପୁର ଜିଲ୍ଲାର ରାଉତରାପୁର । ମାଟ୍ରିକ ପଢିଲାବେଳେ, ତାଙ୍କ ପ୍ରଥମ ଲେଖା "ଚକ୍ରାନ୍ତ" ପତ୍ରିକାରେ ପ୍ରକାଶ ପାଇଥିଲା । ୧୯୮୫/୮୬ରେ ପ୍ରକାଶିତ ତାଙ୍କର ପ୍ରେମଗଳ୍ପ "ଜଟାୟୁ" ଓ ୧୯୯୧ରେ ପ୍ରକାଶିତ "ପଡୋଶୀ" ତାଙ୍କୁ ଲେଖକୀୟ ପରିଚୟ ଆଣିଦେଇଥିଲା ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ସ୍ଵାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ଵ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ଵଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ଵଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ଵନାଥ ଦତ୍ତ ଓ ଭୁବନେଶ୍ଵରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ଵାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
କଥା ଭୁବନେଶ୍ୱରରୁ ପ୍ରକାଶିତ ହେଉଥିବା ଏକ ମାସିକ ଓଡ଼ିଆ ଗଳ୍ପ ପତ୍ରିକା । ପତ୍ରିକାଟିର ମାଲିକାନା, ସମ୍ବାଦର ମାଲିକ ଇଷ୍ଟର୍ଣ ମିଡିଆ ଲିମିଟେଡ଼ ପାଖରେ ଅଛି । ଏଥିରେ ଗଳ୍ପ, ପ୍ରବନ୍ଧ ଓ ଉପନ୍ୟାସ ଭଳି କେବଳ କେବଳ ଗଦ୍ୟସାହିତ୍ୟ ପ୍ରକାଶିତ ହୋଇଥାଏ । ଏହି ପତ୍ରିକା ବର୍ଷରେ ଦୁଇଥର ବିଶେଷାଙ୍କ ପ୍ରକାଶ କରିଥାଏ । ଅକ୍ଟୋବର ମାସର ସଂସ୍କରଣଟି "ନବ ପ୍ରତିଭା ବିଶେଷାଙ୍କ"ଭାବରେ ପ୍ରକାଶିତ ହୁଏ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ବାଲୁଙ୍କେଶ୍ୱର ମନ୍ଦିର ଓଡ଼ିଶାର ଯାଜପୁର ଜିଲ୍ଲାର ଥିବା କଷବା-ଷାଠିବାଟିରେ ଅବସ୍ଥିତ ଏକ ପୁରାତନ ଶିବ ମନ୍ଦିର । ଏଠାରେ ବାଲୁଙ୍କେଶ୍ୱର ପୂଜା ପାଇଥାନ୍ତି । ଆଗରୁ କଷବା ଓ ଷାଠିବାଟିରେ ବହୁଥିବା ଜୁଣେଇ ନଦୀର ଶୁଖିଲା ଶଯ୍ୟାରେ ଏହି ମନ୍ଦିରଟି ସ୍ଥାପନ ହୋଇଥିଲା । ଏହା ଏକାଦଶ ଶତାବ୍ଦୀରେ ସ୍ଥାପିତ ହୋଇଥିଲା । ଯାଜପୁରର କଇଆଁଗୋଲା ରାସ୍ତାର ମଙ୍ଗଳପୁରଠାରୁ ବଡକୁଆଁଲ ରାସ୍ତାରେ ୧.୫ କି.ମି.ଗଲେ ଥାଲକୁଡ଼ି ପଞ୍ଚାୟତର କଷବା ଏବଂ ପାଲଟପୁର ପଞ୍ଚାୟତର ଷାଠିବାଟିରେ ବାଲୁଙ୍କେଶ୍ୱର ମନ୍ଦିର ରହିଛି ।
ଓଡ଼ିଶାର ସାମୁଦ୍ରିକ ବାଣିଜ୍ୟର ଇତିହାସ
ଓଡ଼ିଶା ପ୍ରଚୀନ ସମୟରେ କଳିଙ୍ଗ ନାମରେ ଜଣାଶୁଣା ଥିଲା । କଳିଙ୍ଗବାସୀଙ୍କର ସାମୁଦ୍ରିକ ବାଣିଜ୍ୟ ଖ୍ରୀଷ୍ଟପୂର୍ବ ୩୫୦ ପୂର୍ବରୁ ଆରମ୍ଭ ହୋଇସାରିଥିଲା ବୋଲି କେତେକ ପ୍ରାଚୀନ ସୂତ୍ରରୁ ଜଣାପଡେ । ଏହି ଅଞ୍ଚଳର ବ୍ୟବସାୟୀ/ସାଧବମାନେ ବଙ୍ଗୋପସାଗର ପାରକରି ଦକ୍ଷିଣ-ପୂର୍ବ ଏସିଆ ଓ ଚୀନ ସହିତ ବ୍ୟବସାୟିକ ସମ୍ବନ୍ଧ ସ୍ଥାପନ କରି ପାରିଥିଲେ । ଦକ୍ଷିଣ-ପୂର୍ବ ଏସିଆର ଅନେକ ସ୍ଥାନରେ କଳିଙ୍ଗର ସଂସ୍କୃତିର ଛାପ ଦେଖିବାକୁ ମିଳେ । ଖ୍ରୀଷ୍ଟାବ୍ଦ ଷଷ୍ଠ ଶତାବ୍ଦୀରେ ରଚିତ ମଞ୍ଜୁଶ୍ରୀମୂଳକଳ୍ପରେ ବଙ୍ଗୋପସାଗରକୁ “କଳିଙ୍ଗ ସାଗର” ବୋଲି କୁହାଯାଇଛି । ଏହା ସେହି ସମୟର ସାମୁଦ୍ରିକ ବାଣିଜ୍ୟରେ କଳିଙ୍ଗର ଏକଛତ୍ର ପ୍ରଭାବର ସୂଚନା ଦିଏ । ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ପାଳିତ ହେଉଥିବା ବାଲି ଯାତ୍ରା, ବୋଇତ ବନ୍ଦାଣ ଏହି ମହାନ ଇତିହାସର ଜୀବନ୍ତ ସାକ୍ଷୀ ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ସୁନାପିଲା- ଟିକେ ସ୍କୃ ଢିଲା, ୨୦୧୭ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥଚିତ୍ର । ଏହି ଚଳଚ୍ଚିତ୍ରଟିର ପ୍ରଯୋଜନା କରିଥିଲେ ଅଭିନେତା ବାବୁଶାନ୍ ମହାନ୍ତି । ବାବୁଶାନଙ୍କ ପ୍ରଯୋଜନାରେ ଏହା ଥିଲା ପ୍ରଥମ ଚଳଚ୍ଚିତ୍ର । ବାବୁଶାନ୍ଙ୍କ ପ୍ରଯୋଜନା ସଂସ୍ଥା ସହ ପ୍ରକାଶ ଧୀରଜ ଏଣ୍ଟରଟେନମେଣ୍ଟ ମଧ୍ୟ ଏହି ଚଳଚ୍ଚିତ୍ର ପ୍ରଯୋଜନା କରିଥିଲେ । ଏହି ଚଳଚ୍ଚିତ୍ରର ନିର୍ଦ୍ଦେଶନା ଦେଇଥିଲେ ନିର୍ଦ୍ଦେଶକ ସୁଧାକର ବସନ୍ତ । ଚଳଚ୍ଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ଅଭିଜିତ ମଜୁମଦାର ଏବଂ ଗୀତ ରଚନା କରିଥିଲେ ନିର୍ମଳ ନାୟକ ଓ ବାପୁ ଗୋସ୍ୱାମୀ । ଚଳଚ୍ଚିତ୍ରଗୁଡ଼ିକର ସଂଳାପ ଲେଖିଥିଲେ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇର ସାରିକା । ସେ ଏହି ଚଳଚ୍ଚିତ୍ରରେ ପ୍ରଥମ କରି ସଂଳାପ ଲେଖିବା ଆରମ୍ଭ କରିଥିଲେ ।ବାବୁଶାନ୍ ନିଜେ ନାୟକ ଭୂମିକାରେ ଅଭିନୟ କରିଥିବା ବେଳେ ପପୁ ପମ ପମ, ପିଣ୍ଟୁ ନନ୍ଦ ଏବଂ ପ୍ରଜ୍ଞା ତାଙ୍କର ସାଙ୍ଗ ଭୂମିକାରେ ଅଭିନୟ କରିଥିଲେ । ଏହି ଚଳଚ୍ଚିତ୍ରଟି ଚାରି ବନ୍ଧୁଙ୍କ କାହାଣୀକୁ ନେଇ ନିର୍ମିତ ହୋଇଥିଲା । ଏହି ଚଳଚ୍ଚିତ୍ରରେ ନାୟକ ସବୁକିଛି ଭୁଲିଯାଇ କେବଳ ତା' ସାଙ୍ଗମାନଙ୍କ ସହ ସମୟ ବିତାଇବାକୁ ଭଲ ପାଉଥାଏ । ଶୀତଲ ପାତ୍ର, ଉତ୍ତମ ମହାନ୍ତି, ଅପରାଜିତା ମହାନ୍ତି, ମିହିର ଦାସ ପ୍ରମୁଖ ଏହି ଚଳଚ୍ଚିତ୍ରର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ନୀଳମଣି ରାଉତରାୟ (୨୪ ମଇ ୧୯୨୦ - ୪ ଅକ୍ଟୋବର ୨୦୦୪) ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ୧୯୭୭ ଠାରୁ ୧୯୮୦ ପର୍ଯ୍ୟନ୍ତ ଦାୟିତ୍ଵ ନିର୍ବାହ କରିଥିଲେ ।ସେ କେନ୍ଦ୍ରରେ ପ୍ରଥମେ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଓ ପରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଭାବେ ବିଶ୍ଵନାଥ ପ୍ରତାପ ସିଂହଙ୍କ ନେତୃତ୍ଵାଧୀନ ମନ୍ତ୍ରୀମଣ୍ଡଳରେ କାର୍ଯ୍ୟ କରିଥିଲେ । ୪ ଅକ୍ଟୋବର ୨୦୦୪ରେ ତାଙ୍କର ଦେହାନ୍ତ ହୋଇଥିଲା ।
ଦୀପକ ମିଶ୍ର, ଭାରତର ସର୍ବୋଚ୍ଚ ନ୍ୟାୟାଳୟର ୪୫ତମ ମୁଖ୍ୟ ବିଚାରପତି ଥିଲେ । ୨୮ ଅଗଷ୍ଟ ୨୦୧୭ରେ ସେ ଏହି କାର୍ଯ୍ୟଭାର ଗ୍ରହଣ କରି ୨୦୧୮ ଅକ୍ଟୋବର ୨ ତାରିଖ ପର୍ଯ୍ୟନ୍ତ ଦାୟିତ୍ୱ ତୁଲାଇଥିଲେ । ଏହି ପଦ ଅଳଙ୍କୃତ କରିବାରେ ସେ ତୃତୀୟ ଓଡ଼ିଆ । ତାଙ୍କ ପୂର୍ବରୁ ରଙ୍ଗନାଥ ମିଶ୍ର ୨୧ତମ ମୁଖ୍ୟ ବିଚାରପତି ଭାବେ ୨୫ ସେପ୍ଟେମ୍ବର ୧୯୯୦ରୁ୨୪ ନଭେମ୍ବର ୧୯୯୧ପର୍ଯ୍ୟନ୍ତ ଓ ଗୋପାଳବଲ୍ଲଭ ପଟ୍ଟନାୟକ ୩୨ତମ ମୁଖ୍ୟ ବିଚାରପତି ଭାବରେ ୮ ନଭେମ୍ବର ୨୦୦୨ରୁ ୧୯ ଡିସେମ୍ବର ୨୦୦୨ ପର୍ଯ୍ୟନ୍ତ ଏହି ପଦବୀରେ ଅବସ୍ଥାପିତ ଥିଲେ ।
ଅନ୍ନପୂର୍ଣ୍ଣା ମହାରଣା (୧୯୧୭-୨୦୧୨) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ ଥିଲେ । ସେ ୧୯୧୭ ମସିହା ନଭେମ୍ବର ୩ ତାରିଖରେ କଟକର ବାଖରାବାଦଠାରେ ଜନ୍ମଗ୍ରହଣ କରିଥିଲେ । ସ୍ଵାଧୀନତା ସଂଗ୍ରାମୀ ବାପା ଗୋପବନ୍ଧୁ ଚୌଧୁରୀ ଓ ମା' ରମାଦେବୀ ଚୌଧୁରୀଙ୍କ ସଂଗ୍ରାମମୟ ଜୀବନର ଛିଟାପଡିଥିଲା ତାଙ୍କ ଉପରେ । ତାଙ୍କର ଶ୍ରଦ୍ଧାନାମ ଥିଲା "ଚୁନୁ" । ତେଣୁ ପରବର୍ତ୍ତୀ ସମୟରେ ସେ "ଚୁନୁଅପା" ନାମରେ ବେଶୀ ପରିଚିତ ହେଲେ । ଗୋପବନ୍ଧୁଙ୍କ ସପରିବାର ଗାନ୍ଧୀ-ନୀତି ଗ୍ରହଣ କରିଥିବାରୁ, ଅନ୍ନପୂର୍ଣ୍ଣାଙ୍କ ଉପରେ ପିଲାଦିନରୁ ଏହାର ପ୍ରଭାବ ପଡ଼ିଥିଲା ଓ ଏହି ଆଦର୍ଶରେ ସେ ଆଜୀବନ ବଞ୍ଚିଥିଲେ । ଗୋପବନ୍ଧୁ ନିଜର ସନ୍ତାନଙ୍କୁ ସରକାରୀ ସ୍କୁଲରେ ପଢାଇବାକୁ ଇଚ୍ଛୁକ ନଥିବାରୁ, ଅନ୍ନପୂର୍ଣ୍ଣାଙ୍କ ଶିକ୍ଷା ଘର ମଧ୍ୟରେ ହୋଇଥିଲା ।
ରତି ରଞ୍ଜନ ମିଶ୍ର ଜଣେ ଓଡ଼ିଆ ନାଟ୍ୟକାର ଓ ଆକାଶବାଣୀ କଟକର ପୂର୍ବତନ କେନ୍ଦ୍ର ନିର୍ଦ୍ଦେଶକ ଥିଲେ । ସେ ୧୯୫୨ ମସିହାରେ, କେନ୍ଦୁଝର ଜିଲ୍ଲାର ଭୋଳାନୂଆଁ ଗାଁରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ପଣ୍ଡିତ ପଦ୍ମନାଭ ମିଶ୍ର ଓ ମାତାଙ୍କ ନାମ ସୁଷମା ମିଶ୍ର ଥିଲା । ପିଲାଟି ଦିନରୁ ନାଟକ ପ୍ରତି ତାଙ୍କର ରୂଚି ରହିଥିଲା ଓ ସେ ୧୯୭୪ ମସିହାରେ ସେ ନାଟକ ରଚନା ଆରମ୍ଭ କରିଥିଲେ । ୧୯୭୭ ମସିହାରେ ସେ ଦୂରଦର୍ଶନ କେନ୍ଦ୍ର, କଟକରେ ଜଣେ ପ୍ରଯୋଜନା ସହକାରୀ ଭାବରେ କାର୍ଯ୍ୟାରମ୍ଭ କରିଥିଲେ । ୧୯୮୦ ମସିହାରେ, ସେ ଆକାଶବାଣୀ କଟକର ପ୍ରୋଗ୍ରାମ ଏକଜିକ୍ୟୁଟିଭ ଭାବରେ ଦାୟିତ୍ଵ ଗ୍ରହଣ କରିଥିଲେ । ରତି ରଞ୍ଜନ, ପ୍ରାୟ ପଚାଶରୁ ଅଧିକ ନାଟକ ରଚନା କରିଥିଲେ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଅପୂର୍ବ ରଞ୍ଜନ ରାୟ (୨ ଅକ୍ଟୋବର ୧୯୪୭ - ୨୭ ଅଗଷ୍ଟ ୨୦୧୬) ଜଣେ ଓଡ଼ିଆ ସାହିତ୍ୟିକ, ସମ୍ପାଦକ, ସାମ୍ବାଦିକ ଏବଂ ସଙ୍ଗଠକ ଥିଲେ । ସେ ପ୍ରାୟ ୫୦ରୁ ଅଧିକ ପୁସ୍ତକ ରଚନା କରିଥିଲେ ଏବଂ ଏକାଧିକ ପତ୍ରପତ୍ରିକା ସମ୍ପାଦନା କରୁଥିଲେ । ଦୂରଦର୍ଶନ ଓ ଆକାଶବାଣୀ (ରେଡ଼ିଓ ପ୍ରସାରଣ ସେବା)ର ସେ ଜଣେ ସ୍ଵୀକୃତିପ୍ରାପ୍ତ ଗୀତିକାର ଥିଲେ । ସେହି ସମୟରୁ ସେ ସାହିତ୍ୟ ରଚନା ଆରମ୍ଭ କରିଥିଲେ । ତାଙ୍କର କିଛି ଜଣାଶୁଣା ରଚନାବଳୀ ମଧ୍ୟରୁ କୁନ୍ତଳା କୁମାରୀ ଜୀବନୀ ଓ ପ୍ରତିଭା ଓ କବିତା ଶିକ୍ଷା ତଥା ତାଙ୍କ ସମ୍ପାଦିତ ପତ୍ରିକା ମଧ୍ୟରୁ କଥା କାହାଣୀ ଅନ୍ୟତମ । ସାହିତ୍ୟ ପ୍ରତି ତାଙ୍କର ଅବଦାନ ନିମନ୍ତେ ତାଙ୍କୁ ୨୦୧୩ ମସିହାରେ ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ସମ୍ବର୍ଦ୍ଧନା ଦିଆଯିବା ସହିତ ତାଙ୍କୁ ଓଡ଼ିଶା ସାହିତ୍ୟ ଏକାଡେମୀର ସାଧାରଣ ପରିଷଦକୁ ମନୋନୀତ କରାଯାଇଥିଲା । ତାଙ୍କୁ ଫକୀର ମୋହନ ବିଶ୍ଵବିଦ୍ୟାଳୟର ସିନେଟ ସଦସ୍ୟତା ମଧ୍ୟ ଦିଆଯା ଇଥିଲା ।
ପଣ୍ଡିତ ବାଇକୋଳି ମହାପାତ୍ର (୧୬ ଡିସେମ୍ବର ୧୯୦୮ - ୨୦ ଡିସେମ୍ବର ୧୯୭୭) ଏକାଧାରରେ ଜଣେ ସାହିତ୍ୟିକ, ଐତିହାସିକ, ଶିକ୍ଷାବିତ୍ ଓ ସଂଗଠକ ଥିଲେ । ସେ ଗଞ୍ଜାମ ଜିଲ୍ଲାର ଖଲିକୋଟ ଅନ୍ତର୍ଗତ ବାଲୁଙ୍କେଶ୍ୱର ଶାସନରେ ୧୯୦୮ରେ ଜନ୍ମ ଗ୍ରହଣ କରିଥିଲେ। ତାଙ୍କ ଅଗ୍ରଜମାନେ ଅକାଳରେ ମରି ଯାଉଥିବାରୁ ତାଙ୍କ ପିତାମାତା ଅପମୃତ୍ୟୁ ଟଳାଇବା ଉଦ୍ଦେଶ୍ୟରେ ତାଙ୍କର ନାମ ବାଇକୋଳି (ବିଷାକ୍ତ କୋଳି) ରଖିଥିଲେ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ଵାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ଛ ମାଣ ଆଠ ଗୁଣ୍ଠ ହେଉଛି ଫକୀର ମୋହନ ସେନାପତିଙ୍କର ଲିଖିତ ଉପନ୍ୟାସ। ୧୮୯୭ରେ ପ୍ରଥମେ ଏହା ଧାରାବାହିକ ଭାବରେ ଉତ୍କଳ ସାହିତ୍ୟ ପତ୍ରିକାରେ ପ୍ରକାଶିତ ହୋଇଥିଲା। ଫକୀର ମୋହନ ଏହାକୁ ଧୂର୍ଜଟି ଛଦ୍ମନାମରେ ପ୍ରକାଶ କରାଇଥିଲେ। ସେତେବେଳର ସାଧାରଣ ଜୀବନ ଉପରେ ଆଧାରିତ ଏହା ଏକ ବାସ୍ତବଧର୍ମୀ ଉପନ୍ୟାସ ଥିଲା। ଏପରିକି କିଛି ଲୋକ ଏହି କାହାଣୀକୁ ସତ ବୋଲି ମଧ୍ୟ ବିଚାର କରୁଥିଲେ। ୧୯୮୬ରେ ପାର୍ବତୀ ଘୋଷ ଉପନ୍ୟାସକୁ ଆଧାର କରି ଓଡ଼ିଆ ଚଳଚ୍ଚିତ୍ର ନିର୍ମାଣ କରିଥିଲେ।