ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
କୁମାର ପୂର୍ଣ୍ଣିମା ଓଡ଼ିଶାର ଏକ ବିଶେଷ ପର୍ବ । ଏହା କୁମାରୋତ୍ସବ ବା କୋଜାଗର ପୂର୍ଣ୍ଣିମା ନାମରେ ମଧ୍ୟ ଜଣାଶୁଣା । ଆଶ୍ୱିନ ମାସ ପୂର୍ଣ୍ଣିମା ତିଥିରେ ଏହି ପର୍ବଟି ପାଳିତ ହୁଏ । ଏହି ପୂର୍ଣ୍ଣିମା ଶରତ ଋତୁରେ ପଡ଼ୁଥିବାରୁ କେତେକ ସ୍ଥାନରେ ଏହାକୁ ଶରତ ପୂର୍ଣ୍ଣିମା ମଧ୍ୟ କୁହାଯାଏ । ଏହିଦିନ ଜଗନ୍ମାତା ମା’ ଲକ୍ଷ୍ମୀ ଦେବୀଙ୍କର ଆରାଧନା କରାଯାଉଥିବାରୁ ଏହାକୁ ଗଜଲକ୍ଷ୍ମୀ ପୂଜା ବା କୋଜାଗାର ଲକ୍ଷ୍ମୀ ପୂଜା ମଧ୍ୟ କୁହାଯାଏ । ଏହି ଦିନ ଓଡ଼ିଶାବାସୀ ତୁଳସୀ ଚଉରା, ଗଜଲକ୍ଷ୍ମୀ, ଚନ୍ଦ୍ର, ସୂର୍ଯ୍ୟ ଓ କାର୍ତ୍ତିକଙ୍କର ପୂଜା ଆରାଧନା କରି ନିଜର ସୁଖ, ସୌଭାଗ୍ୟ, ଯଶ, ଧନ ଓ ପୌରୁଷ କାମନା କରିଥାନ୍ତି । ଓଡ଼ିଶାରେ ଏହି ପର୍ବ ସାଧାରଣତଃ କୁମାରୀ କନ୍ୟାମାନେ କାର୍ତ୍ତିକେୟଙ୍କ ଭଳି ସୁନ୍ଦର ଜୀବନସାଥୀ ପାଇବା ପାଇଁ କରିଥାନ୍ତି । ତେବେ ମହାରାଷ୍ଟ୍ର, ପଶ୍ଚିମ ବଙ୍ଗ, ଗୁଜରାଟ ଭଳି ଭାରତର ଅନ୍ୟାନ୍ୟ ରାଜ୍ୟରେ ସ୍ତ୍ରୀ ପୁରୁଷ ନିର୍ବିଶେଷରେ ସମସ୍ତେ ଏହି ପର୍ବକୁ ପାଳନ କରିଥାନ୍ତି । ଏହି ଦିନ ଚନ୍ଦ୍ର ପୃଥିବୀର ନିକଟତମ ସ୍ଥିତିରେ ଥାଏ ଏବଂ ଚନ୍ଦ୍ର କିରଣ ମଣିଷର ସ୍ୱାସ୍ଥ୍ୟ ଓ ଚିନ୍ତାଧାରା ଉପରେ ସକରାତ୍ମକ ପ୍ରଭାବ ପକାଇଥାଏ ବୋଲି ବିଶ୍ୱାସ ରହିଛି । ତେଣୁ ଏହି ଦିନଟିକୁ ଭାରତର ବିଭିନ୍ନ ପ୍ରାନ୍ତରେ ଖୁବ୍ ଆଡ଼ମ୍ବର ସହକାରେ ପାଳନ କରାଯାଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଦୁର୍ଗା ପୂଜା ହିନ୍ଦୁଧର୍ମାବଲମ୍ବୀମାନଙ୍କର ତଥା ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହି ପର୍ବର ଶେଷ ଦିନଟିକୁ ଦଶହରା ବା ବିଜୟା ଦଶମୀ ନାମରେ ପରିଚିତ । ଦୁର୍ଗା ପୂଜା ଶକ୍ତି ଉପାସନାର ପର୍ବ । ଏହା ବିଭିନ୍ନ କୁଳାଚାର ମତେ ଷୋଳଦିନ, ନଅଦିନ ବା ତିନିଦିନ ଧରି ପାଳିତ ହୁଏ । ମୁଖ୍ୟତଃ ଶରତ ଋତୁର ଆଶ୍ଵିନ ଶୁକ୍ଲପକ୍ଷ ପ୍ରତିପଦ ଠାରୁ ନବମୀ ବିଶେଷଭାବେ ଦେବୀଙ୍କ ପୂଜନର ପ୍ରକୃଷ୍ଟ ସମୟ ହୋଇଥିଲେ ହେଁ ଚୈତ୍ର ଶୁକ୍ଲ ପକ୍ଷରେ ମଧ୍ୟ ଏହା ବାସନ୍ତୀ ନବରାତ୍ର ରୂପେ ପାଳନ କରାଯାଇଥାଏ । ଦେବୀ ପୁରାଣ ଓ କାଳିକା ପୁରାଣରେ ଦୁର୍ଗାପୂଜାକୁ ଶାରଦୀୟ ପାର୍ବଣ କୁହାଯାଉଥିବା ବେଳେ ମାର୍କଣ୍ଡେୟ ପୁରାଣରେ ବାର୍ଷିକୀ ଶାରଦ ପୂଜନ କୁହାଯାଏ । ଦେବୀ ଦୁର୍ଗା ଦୁଃଖନାଶିନୀ।ନବରାତ୍ରୀରେ ଦୁର୍ଗାଙ୍କୁ ଶ୍ରଦ୍ଧାର ସହ ପୂଜା କଲେ ଉପାସକ ନବଶକ୍ତି ପ୍ରାପ୍ତ ହେଇଥାନ୍ତି । ଶାରଦୀୟ ନବରାତ୍ରୀ କାଳରେ ବ୍ରହ୍ମାଣ୍ଡର ସମସ୍ତ ଗ୍ରହ ସକ୍ରିୟ ଥିବାରୁ ଶକ୍ତି ଉପାସକଙ୍କର କୈଣସି ଅନିଷ୍ଟ ହୁଏନାହିଁ । ଦୁର୍ଗାଙ୍କର ଏହି ନବଶକ୍ତି ଜାଗ୍ରତ କରିବା ପାଇଁ ନବାର୍ଣ୍ଣ ବା ନବାକ୍ଷରୀ ମନ୍ତ୍ର ଜପ କରିବା ପାଇଁ ପରାମର୍ଶ ଦିଆଯାଇଛି । ନବର ଅର୍ଥ ନଅ ଓ ଅର୍ଣର ଅର୍ଥ ଅକ୍ଷର । ନବାର୍ଣ୍ଣ ମନ୍ତ୍ରଟି ହେଉଛି - ଐଂ ହ୍ଲୀଂ କ୍ଲୀଂ ଚାମୁଣ୍ଡାୟୈ ବିଚ୍ଚେ।ଏହି ମନ୍ତ୍ରର ପ୍ରତ୍ୟେକ ଅକ୍ଷର ଦୁର୍ଗାଙ୍କ ଗୋଟିଏ ଗୋଟିଏ ଶକ୍ତିର ପରିଚାୟକ ।
ଦୁର୍ଗା ପୂଜା ଆଶ୍ଵିନ ମାସରେ ହିନ୍ଦୁମାନେ ପାଳନ କରୁଥିବା ଏକ ଉତ୍ସବ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନହେଲେ ସେତେବେଳେ ବ୍ରହ୍ମା, ଶ୍ରୀବିଷ୍ଣୁ ଓ ଶିବଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜଦ୍ଵାରା ଦୁର୍ଗାଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳଦ୍ଵାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଗଦ୍ଵାରା ଶିରଚ୍ଛେଦ କଲେ । ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଭାରତୀୟ ସଂସଦର ତଳ ସଦନ ଲୋକ ସଭାର ୭ମ ଲୋକ ସଭାକୁ ୧୯୮୦ ମସିହା ସାଧାରଣ ନିର୍ବାଚନରେ ନିର୍ବାଚିତ ସଭ୍ୟମାନେ ଯାଇଥିଲେ । ଏହି ଲୋକସଭାର ସମୟସୀମା ଥିଲା ୧୮ ଜାନୁଆରୀ ୧୯୮୦ରୁ ୩୧ ଡିସେମ୍ବର ୧୯୮୪ । ଏହି ଲୋକସଭା ସାଧାରଣ ନିର୍ବାଚନ ପରେ ସଂସଦର ରାଜ୍ୟ ସଭାରେ ଥିବା ୯ ଜଣ ସାଂସଦ ଲୋସଭାକୁ ନିର୍ବାଚିତ ହୋଇଥିଲେ ।ଏହି ନିର୍ବାଚନରେ କଂଗ୍ରେସ ଦଳ ସର୍ବାଧିକ ୩୭୩ଟି ଆସନ ଗ୍ରହଣ କରି ସଂଖ୍ୟା ଗରିଷ୍ଠତା ହାସଲ କରିଥିଲା ଏବଂ ଇନ୍ଦିରା ଗାନ୍ଧୀ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିଥିଲେ । ଏଥର ଲୋକସଭା ନିର୍ବାଚନରେ କଂଗ୍ରେସ ପୂର୍ବ ନିର୍ବାଚନ ତଥା ୬ଷ୍ଠ ଲୋକ ସଭାରେ ଅଧିଗ୍ରହଣ କରିଥିବା ସଂଖ୍ୟାଠାରୁ ୨୮୬ଟି ଆସନ ଅଧିକ ଥିଲା ।
ପଶ୍ଚିମ ଓଡ଼ିଶା ( ଇଂରାଜୀ : Western Odisha ) ଓଡ଼ିଶାର କଳାହାଣ୍ଡି ଜିଲ୍ଲାରୁ ଆରମ୍ଭ କରି ସୁନ୍ଦରଗଡ଼ ଜିଲ୍ଲା ପର୍ଯ୍ୟନ୍ତ ପରିବ୍ୟାପ୍ତ ଭୂଖଣ୍ଡକୁ ପଶ୍ଚିମ ଓଡ଼ିଶା କୁହା ଯାଏ । ଏହି ଅଞ୍ଚଳ ଭିତରେ ସମ୍ବଲପୁର ଜିଲ୍ଲା, ବଲାଙ୍ଗୀର , ବରଗଡ଼, ଦେବଗଡ଼ , ଝାରସୁଗୁଡା , କଳାହାଣ୍ଡି , ବୌଦ, ସୁନ୍ଦରଗଡ଼ ନୂଆପଡ଼ା ,ସୁବର୍ଣ୍ଣପୁର ଜିଲ୍ଲା ( ସୋନପୁର) ଜିଲ୍ଲା ସମୂହ ସହ ଅନୁଗୁଳ ଜିଲ୍ଲାର ଆଠମଲ୍ଲିକ ସବ ଡିଭିଜନ ଅନ୍ତର୍ଭୁକ୍ତ । ଏହାକୁ କୋଶଳ ଅଞ୍ଚଳ ବୋଲି କହାଯାଏ । ପଞ୍ଚମ ଶତାବ୍ଦୀ ପୂର୍ବରୁ ଏହି ଅଞ୍ଚଳ ଦକ୍ଷିଣ କୋଶଳ ନାମରେ ପରିଚିତ ଥିଲା ଏବଂ ଏହା ଏକ ବିଶାଳ ଭୌଗୋଳିକ ଅଞ୍ଚଳ ଥିଲା । ଏହା କୃଷିପ୍ରଧାନ ଅଞ୍ଚଳ ଭାବରେ ଏକ ସାଂସ୍କୃତିକ ସମନ୍ନ୍ୟୟ ପୂର୍ଣ ଅଞ୍ଚଳ ଥିଲା । ଏବେ କଳାହାଣ୍ଡି , କୋରାପୁଟ ଓ ବଲାଙ୍ଗିର ମରୁଡ଼ି ପ୍ରବଣ ଜିଲ୍ଲା ଭାବେ KBK ନାମରେ ଚିହ୍ନିତ ହେଇ ଅନେକ ବର୍ଷ ହେଲା କେନ୍ଦ୍ର ତଥା ରାଜ୍ୟ ସରକାରଙ୍କଦ୍ଵାରା ସ୍ଵତନ୍ତ୍ର ସାହାଯ୍ୟ ପ୍ରାପ୍ତ ହେଇଥିଲେ ମଧ୍ୟ ଖୁବ ଦରିଦ୍ର ଓ ଅନା ଟନ ଭିତରେ ଏହାର ଅଧିକାଂଶ ଅଧିବାସୀ ରହିଛନ୍ତି । ପୁଣି ପୁରା ପଶ୍ଚିମ ଓଡ଼ିଶାର ବିକାଶ ପାଇଁ ରାଜ୍ୟ ସରକାର ସ୍ଵତନ୍ତ୍ର 'ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ' ( WODC ) ଗଠନ କରିଛନ୍ତି ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ଵ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ଵାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ଓଡ଼ିଶାର ସାମୁଦ୍ରିକ ବାଣିଜ୍ୟର ଇତିହାସ
ଓଡ଼ିଶା ପ୍ରଚୀନ ସମୟରେ କଳିଙ୍ଗ ନାମରେ ଜଣାଶୁଣା ଥିଲା । କଳିଙ୍ଗବାସୀଙ୍କର ସାମୁଦ୍ରିକ ବାଣିଜ୍ୟ ଖ୍ରୀଷ୍ଟପୂର୍ବ ୩୫୦ ପୂର୍ବରୁ ଆରମ୍ଭ ହୋଇସାରିଥିଲା ବୋଲି କେତେକ ପ୍ରାଚୀନ ସୂତ୍ରରୁ ଜଣାପଡେ । ଏହି ଅଞ୍ଚଳର ବ୍ୟବସାୟୀ/ସାଧବମାନେ ବଙ୍ଗୋପସାଗର ପାରକରି ଦକ୍ଷିଣ-ପୂର୍ବ ଏସିଆ ଓ ଚୀନ ସହିତ ବ୍ୟବସାୟିକ ସମ୍ବନ୍ଧ ସ୍ଥାପନ କରି ପାରିଥିଲେ । ଦକ୍ଷିଣ-ପୂର୍ବ ଏସିଆର ଅନେକ ସ୍ଥାନରେ କଳିଙ୍ଗର ସଂସ୍କୃତିର ଛାପ ଦେଖିବାକୁ ମିଳେ । ଖ୍ରୀଷ୍ଟାବ୍ଦ ଷଷ୍ଠ ଶତାବ୍ଦୀରେ ରଚିତ ମଞ୍ଜୁଶ୍ରୀମୂଳକଳ୍ପରେ ବଙ୍ଗୋପସାଗରକୁ “କଳିଙ୍ଗ ସାଗର” ବୋଲି କୁହାଯାଇଛି । ଏହା ସେହି ସମୟର ସାମୁଦ୍ରିକ ବାଣିଜ୍ୟରେ କଳିଙ୍ଗର ଏକଛତ୍ର ପ୍ରଭାବର ସୂଚନା ଦିଏ । ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ପାଳିତ ହେଉଥିବା ବାଲି ଯାତ୍ରା, ବୋଇତ ବନ୍ଦାଣ ଏହି ମହାନ ଇତିହାସର ଜୀବନ୍ତ ସାକ୍ଷୀ ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
ଭୂମିକା ଦାଶ ଜଣେ ଓଡ଼ିଆ କଥାଚିତ୍ର ଅଭିନେତ୍ରୀ । ସେ ୨୦୧୩ ମସିହାରେ ଓଡ଼ିଆ କଥାଚିତ୍ର ରୁମ୍କୁ ଝୁମାନା ଚଳଚ୍ଚିତ୍ରରେ ଜଣେ ଶିଶୁ କଳାକାର ଭାବରେ ଅଭିନୟ ଆରମ୍ଭ କରିଥିଲେ । ଏହା ପରେ ସେ ଗପ ହେଲେ ବି ସତ ଚଳଚ୍ଚିତ୍ରରେ ମଧ୍ୟ ଜନେ ଶିଶୁ କଳାକାର ଭାବରେ ଅଭିନୟ କରିଥିଲେ । ୨୦୧୭ ମସିହାରେ ଭୂମିକା ନବମ ଶ୍ରେଣୀରେ ପଢ଼ୁଥିବା ବେଳେ ତରଙ୍ଗ ସିନେ ପ୍ରଡକ୍ସନ୍ର ୭ମ ଚଳଚ୍ଚିତ୍ର ତୁ ମୋ ଲଭ୍ ଷ୍ଟୋରୀ ଚଳଚ୍ଚିତ୍ରରେ ସେ ପ୍ରଥମ ଥର ପାଇଁ ନାୟିକା ଭାବରେ ଅଭିନୟ କରିଥିଲେ । ଭୂମିକା ଓଡ଼ିଶୀ ନୃତ୍ୟ ଶିକ୍ଷା କରିଛନ୍ତି ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ମହାମାୟୀ ଦୁର୍ଗା ସମଗ୍ର ଦେବକୁଳର ସର୍ବୋତ୍ତମ ଅସ୍ତ୍ରଗୁଡିକର ଅଧିକାଅରିଣୀ । ସେ ମଧ୍ୟ ସେସବୁ ଅସ୍ତ୍ରର ପ୍ରୟୋଗକାରିଣୀ । ପଶୁରାଜ ସିଂହ ଦୁର୍ଗାଙ୍କ ବାହାନ । ତାଙ୍କ ଅଙ୍ଗଭୂଷଣ ତଥା ଅଙ୍ଗରକ୍ଷୀ ଭାବେ କାର୍ଯ୍ୟ କରୁଛନ୍ତି ବିଷଧର ନାଗକୁଳ । ମାର୍କଣ୍ଡେୟ ପୁରାଣ ଅନ୍ତର୍ଗତ ‘ଚଣ୍ଡୀ’ରେ କୁହାଯାଇଛି ଭଗବତୀ ଚଣ୍ଡିକା ମହାମାୟା ଏବଂ ସନାତନୀ ଦେବୀ ହେଇଥିଲେ ହେଁ ବିଶ୍ଵର କଲ୍ୟାଣ ପାଇଁ ସେ ବାରମ୍ବାର ଆବିର୍ଭୂତା ହୋଇଥାନ୍ତି । ପ୍ରତ୍ୟେକ ମନୁଷ୍ୟର ଶରୀରରେ ଆଦ୍ୟାଶକ୍ତି କୁଳକୁଣ୍ଡଳିନୀ ରୂପେ ବିରାଜିତା । ସୃଷ୍ଟିର ପ୍ରଥମ ଉଚ୍ଚାରଣ ମା’ । ସେ ଗର୍ଭଧାରିଣୀ ଲାଳନପାଳନ କର୍ତ୍ତ୍ରୀ ତଥା ତ୍ୟାଗ,ଦୟା,ଦୟା, କ୍ଷମା ଓ ମମତାର ପ୍ରତୀକାତ୍ମକ ରୂପ । ମା’ଙ୍କର ଉପାସନା ଇତିହାସର ବର୍ଗବନ୍ଧନୀଠାରୁ ମଧ୍ୟ ବହୁ ପୁରାତନ । ଆଦ୍ୟାଶକ୍ତି ଭାବେ ସେ ସର୍ବଶକ୍ତିମୟୀ।
ବଲାଙ୍ଗୀର ଜିଲ୍ଲାର ପାଟଣାଗଡ ଉପଖଣ୍ଡ ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ପର୍ବତର ପାଦଦେଶରେ ଥିବା ହରିଶଙ୍କର ଉଭୟ ଶୈବପୀଠ ଓ ପ୍ରାକୃତିକ ସୌନ୍ଦର୍ଯ୍ୟ ପାଇଁ ପ୍ରସିଦ୍ଧ । ଏହାର ଦୂରତା ସଦର ମହକୁମାରୁ ପ୍ରାୟ ୮୦ କି.ମି ହେବ । ଗନ୍ଧମାର୍ଦ୍ଦନ ପର୍ବତର ଉତ୍ତରାଞ୍ଚଳରେ ବରଗଡ଼ ଜିଲ୍ଲାର ପ୍ରସିଦ୍ଧ ନୃସିଂହନାଥ ମନ୍ଦିର ଥିବାବେଳେ ଦକ୍ଷିଣରେ ରହିଛି ହରିଶଙ୍କର । ଏହି ପୀଠରେ ହରି ଓ ଶଙ୍କର ଏକାଠି ପୂଜା ପାଉଥିବାରୁ ଏହି ପୀଠର ସ୍ଵତନ୍ତ୍ରତା ରହିଛି । ହରିଶଙ୍କର ମନ୍ଦିର ଏବଂ ନୃସିଂହନାଥ ମନ୍ଦିର ମଧ୍ୟରେ ଅବସ୍ଥିତ ମାଳଭୂମିରେ ବୌଦ୍ଧ ଧର୍ମାଲମ୍ବୀଙ୍କଦ୍ୱାରା ନିର୍ମାଣ କରାଯାଇଥିବା ଧ୍ୱସ୍ତବିଧ୍ୱସ୍ତ ଏକ ପ୍ରାଚୀନ ପରିମଳଗିରି ବିଶ୍ୱବିଦ୍ୟାଳୟ ରହିଛି ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ଵରୂପରାଣୀ ଥିଲା । ସେ ସ୍ଵାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
କେନ୍ଦ୍ରାପଡ଼ା ଜିଲ୍ଲାର ମାର୍ଶାଘାଇ ବ୍ଲକ ଅନ୍ତର୍ଗତ ଯମପଡ଼ା ପଞ୍ଚାୟତର ବିଲବଳରାମପୁର ଗାଁରେ ମାଳିକା ବର୍ଣ୍ଣିତ ପଞ୍ଚସଖାଙ୍କ ଲୀଳା ସ୍ଥଳୀ; ଗୁପ୍ତକ୍ଷେତ୍ର ଭାବେ ପରିଚିତ ସଖୀବଟ ଅବସ୍ଥିତ । ଏହି କ୍ଷେତ୍ରଟି ପଞ୍ଚସଖା ଓ ମହାପ୍ରଭୁ ଶ୍ରୀବଳଦେବଜୀଉଙ୍କ ସମ୍ପର୍କ ଥିବାରୁ ଏହା ଏକ ଧର୍ମପୀଠ ଭାବେ ପରିଚିତ । ଇଚ୍ଛାପୁରରେ ମନ୍ଦିର ନିର୍ମାଣ ହେବା ପୂର୍ବରୁ ଶ୍ରୀବଳଦେବଜୀଉ ସଖୀବଟଠାରେ ୯ ବର୍ଷ କାଳ ପୂଜା ପାଇଥିଲେ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
କାର୍ତ୍ତିକ ପୂର୍ଣ୍ଣମା, ରାସ ବା ରାସ ପୂର୍ଣ୍ଣିମା ନାମରେ ମଧ୍ୟ ପରିଚିତ । ଓଡ଼ିଶାର ଆଚାର ବିଚାର, ଚାଲିଚଳଣି ତଥା ଧର୍ମୀୟ ଭାବନା ସହିତ ଏହି ପର୍ବ ଓତପ୍ରୋତ ଭାବେ ଜଡ଼ିତ । ଗୌରବମୟ ଉତ୍କଳର ପ୍ରାଚୀନ ଇତିହାସ ସହିତ ଏହା ଏତେ ନିବିଡ଼ ଭାବରେ ସଂପୃକ୍ତ ଯେ ଏହି ଦିବସର ଗୁରୁତ୍ଵକୁ ବାଦ ଦେଲେ ଖ୍ରୀଷ୍ଟପୂର୍ବୀୟ କାଳରେ ଓଡ଼ିଶାରେ ନୌବାଣିଜ୍ୟ ସମ୍ପର୍କରେ ଚିନ୍ତା ବି କରାଯାଇ ପାରେ ନାହିଁ । ଅତଏବ ଧର୍ମଗତ ତଥା ଐତିହାସିକ ଉଭୟ ଦୃଷ୍ଟିକୋଣରୁ ଏହାର ମୂଲ୍ୟବୋଧ ଅତୀବ ବୈଶିଷ୍ଟ୍ୟ ପରିପୂର୍ଣ୍ଣ ।
ପଞ୍ଚଲିଙ୍ଗେଶ୍ଵର ଶିବ ମନ୍ଦିର ଓଡ଼ିଶାର ବାଲେଶ୍ଵର ଜିଲାର ନୀଳଗିରି ପାଖରେ ଥିବା ପଞ୍ଚଲିଙ୍ଗେଶ୍ଵରରେ ଅବସ୍ଥିତ । ଏହି ଲିଙ୍ଗଗୁଡ଼ିକର ଦର୍ଶନ କରିବା ପାଇଁ ଜଣକୁ ପାହାଡ଼଼ି ଚଟାଣ ଭିତରେ ବହିଯାଇଥିବା ଝରଣା ପାଣି ଦେଇ ହାତରେ ଛୁଇଁ ଜାଣିବାକୁ ପଡ଼ିବ । ଏଠାରେ ପାହାଡ଼଼ୀ ଝରଣା ଭିତରେ ପାଞ୍ଚୋଟି ଶିବଲିଙ୍ଗ ପୂଜାପାଉଛନ୍ତି ଯାହାଙ୍କ ନାମ ଅନୁସାରେ ଏହି ଜାଗାର ନାମ ପଞ୍ଚଲିଙ୍ଗେଶ୍ଵର ହୋଇଅଛି ।ବାଲେଶ୍ୱର ସମୁଦ୍ର ଉପକୂଳରେ ବଙ୍ଗୋପସାଗରର ବେଳାଭୂମିକୁ ସାମନ୍ତରାଳଭାବରେ କୁପାରୀ ଠାରୁ ନୀଳଗିରି ପର୍ଯ୍ୟନ୍ତ ପୂର୍ବଘାଟ ପର୍ବତମାଳା ଲମ୍ବିଆସିଛି । ୧୦୦୦ ଫୁଟ ଛୋଟ ଛୋଟ ପାହାଡ଼ "ଦେବଗିରି" ପର୍ବତମାଳାର ପଞ୍ଚେଲିଙ୍ଗେଶ୍ୱର ଏକ ଅଂଶ ବିଶେଷ । ଏହି ଶୈବପୀଠର ପାଦଦେଶରେ ଝରଣାଟିଏ ବହିଯାଇଛି । ଏହି ଜଳସ୍ରୋତ ମଧ୍ୟରେ ଅଦୃଶ୍ୟ ପାଞ୍ଚଗୋଟି ଲିଙ୍ଗ ହେଉଛନ୍ତି ପଞ୍ଚେଲିଙ୍ଗେଶ୍ୱର ପୀଠ । ଭକ୍ତମାନେ ଜଳସ୍ରୋତ ମଧ୍ୟରେ ପଞ୍ଚେଲିଙ୍ଗେଶ୍ୱରଙ୍କୁ ଦର୍ଶନ କରି ପୂଜାକରନ୍ତି । ପ୍ରସ୍ତର ଉପରେ ବସି ପୁଜକ ଶିବଲିଙ୍ଗ ପୂଜା କରିଥାନ୍ତି । ରାଜ୍ୟ ପର୍ଯ୍ୟଟନ ତରଫରୁ ଯାତ୍ରୀନିବାସର ଆନୁସାଙ୍ଗିକ ବ୍ୟବସ୍ଥା ମଧ୍ୟ ରହିଛି । ସରସ୍ୱତୀ ପୂଜା ସମୟରେ ପାଞ୍ଚ ଦିନ ବ୍ୟାପୀ ମେଳା ହୁଏ । ବହୁ ଲୋକ ଏଠାକୁ ଆସି ଦେବଦର୍ଶନ କରିଥାନ୍ତି ଓ ମନୋହାରୀ ଜିନିଷ କିଣିଥାନ୍ତି । ଦେବଗିରି ପର୍ବତର ଶିଖର ଦେଶରେ ମଣ୍ଡଳେଶ୍ୱରୀ ଦେବୀସ୍ଥାନ ରହିନ୍ତି । ଏହାଙ୍କୁ ବର୍ଷାଦେବୀ ମଧ୍ୟ କହାଯାଏ । ବର୍ଷା ନହେଲେ ଦେବୀଙ୍କୁ ପୂଜାକଲେ ବର୍ଷା ହୋଇଥାଏ ବୋଲି ଲୋକବିଶ୍ୱାସ ରହିଛି । ଦେବଗିରି ପର୍ବତମାଳା ପରିବେଷ୍ଟିତ ପର୍ବତର ଶୀର୍ଷଦେଶରୁ ମଙ୍ଗଳପୁର ପ୍ରାଚୀନ ପଥ ଓ ଦୁର୍ଗପର୍ଯ୍ୟନ୍ତ ଏକ ସୁଡ଼ଙ୍ଗ ରହିଛି । ଜନଶୃତି ଅଛି ଯେ ପଞ୍ଚଲିଙ୍ଗେଶ୍ୱର ପାହାଡ଼ର ପାଦଦେଶରୁ ଏହି ସୁଡଙ୍ଗ ରହିଛି ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଦୀପ୍ତିରେଖା ପାଢ଼ୀ ଜଣେ ଓଡ଼ିଆ ଦୂରଦର୍ଶନ ଅଭିନେତ୍ରୀ ଏବଂ ପ୍ରଚ୍ଛଦପଟ ଗାୟିକା । ସେ ଓଡ଼ିଆ ଚଳଚ୍ଚିତ୍ର ଲଭ୍ ଡଟ୍ କମ୍ରେ ପ୍ରଥମ କରି ପ୍ରଚ୍ଛଦପଟ ଗାୟିକା ଭାବରେ କାମ କରିଥିଲେ । ଏହା ପରେ ସେ ଇ ଟିଭି ଓଡ଼ିଆରେ ପ୍ରସାରିତ ରାଜକନ୍ୟା ଧାରାବାହିକରେ ନୟିକା ପୂର୍ବି ଭାବରେ ଅଭିନୟ କରିଥିଲେ । ଦୀପ୍ତି ଓଡ଼ିଆ କଥାଚିତ୍ର ସମେତ ଓଡ଼ିଆ ଭଜନ ଓ ଆଲବମ ଆଦିରେ ଗୀତ ଗାଇଛନ୍ତି ।
ସ୍ତନ କର୍କଟ (ଇଂରାଜୀରେ Breast cancer) ରୋଗ ସ୍ତନ ତନ୍ତୁରୁ ବାହାରୁଥିବା ଏକ କର୍କଟ ରୋଗର ନାମ । ସ୍ତନ ଭିତରେ ଗୋଟାଳି ବାହାରିବା, ସ୍ତନ ଆକାରରେ ପରିବର୍ତ୍ତନ ଆସିବା ଓ କ୍ଷୁଦ୍ର ଗାତ ଦେଖାଯିବା। ସ୍ତନାଗ୍ରରୁ ତରଳ ପଦାର୍ଥ ବାହାରିବା ଓ ଚମରେ ଲାଲ କାତି ଚକଡ଼ା ଦେଖାଯିବା ଇତ୍ୟାଦି ଲକ୍ଷଣ ସମସ୍ତ ଏହି ରୋଗରେ ଦେଖାଯାଏ । ଦୂରବର୍ତ୍ତୀ ବ୍ୟାପନ ହେଲେ ହାଡ଼ ଯନ୍ତ୍ରଣା, ଲସିକା ଗ୍ରନ୍ଥି ଫୁଲା, ଛୋଟ ଶ୍ୱାସ କ୍ରିୟା କିମ୍ବା ହଳଦିଆ ଚମ ଲକ୍ଷଣମାନ ଦେଖାଯାଏ ।ସ୍ତନ କର୍କଟ ରୋଗର ସଙ୍କଟାବସ୍ଥାମାନଙ୍କ ନାମ: ସ୍ଥୌଲତା ବା ମୋଟାପଣ, ବ୍ୟାୟାମ ଅଭାବ, ମଦ୍ୟପାନ, ଋତୁବନ୍ଦ ସମୟରେ ହରମୋନ ପ୍ରତିସ୍ଥାପନ, ଆୟୋନାଇଜିଙ୍ଗ ରାଡିଏସନ, ଅଳ୍ପ ବୟସରେ ଋତୁଦର୍ଶନ(menarche), ଡେରିରେ ବା ଆଦୌ ଛୁଆ ନ ହେବା । ପ୍ରାୟ ୫ରୁ ୧୦ % ବଂଶାନୁକ୍ରମିକ ଭାବେ ପିତାମାତାଙ୍କ ଜିନରୁ (BRCA1 ଓ BRCA2) ଆସେ । କ୍ଷୀର ତିଆରି ହେଉଥିବା ଲୋବ୍ୟୁଲ ଓ କ୍ଷୀରବାହିନଳୀର ଜୀବକୋଷରୁ ଆରମ୍ଭ ହୁଏ । କ୍ଷୀରନଳୀରୁ ହେଉଥିବା କର୍କଟକୁ ଡକ୍ଟାଲ କର୍କଟ ଓ [[ଲୋବ୍ୟୁଲରୁ ହେଉଥିବା କର୍କଟକୁ ଲୋବ୍ୟୁଲାର କର୍କତ କୁହାଯାଏ । ଏହା ବ୍ୟତୀତ ୧୮ ପ୍ରକାର ଅନ୍ୟ ସ୍ତନ କର୍କଟ ହୁଏ । ସ୍ଥିତାବସ୍ଥା-ଡକ୍ଟାଲ କର୍କଟରୁ ମଧ୍ୟ କେତେକ କର୍କଟ ରୋଗ ହୁଏ । କର୍କଟ ଗୋଟାଳିରୁ ବାୟୋପ୍ସି ନେଇ ପରୀକ୍ଷା କରି ରୋଗ ନିଣ୍ଣୟ କରାଯାଏ । ଥରେ ରୋଗ ଜଣାପଡ଼ିଗଲେ ଏହାର ବ୍ୟାପିବା ଅବସ୍ଥା ନିମନ୍ତେ ଅଧିକ ପରୀକ୍ଷା କରାଯାଏ । ସ୍ତନ କର୍କଟ ରୋଗରେ ସ୍କ୍ରିନିଙ୍ଗର ଉପକାରିତା ଓ ଅପକାରିତାର ଚର୍ଚ୍ଚା ଦ୍ୱାନ୍ଦାତ୍ମକ ଅଟେ । ସନ ୨୦୧୩ର କକ୍ରେନ ସମୀକ୍ଷା ଅନୁସାରେ ଏହାର ସଠିକ ପ୍ରମାଣ ମିଳୁନାହିଁ । ସନ ୨୦୦୯ର ସମୀକ୍ଷା ଅନୁସାରେ ୟୁ ଏସ ସର୍ଭିସ ଟାସ୍କ ଫୋର୍ସ ସଂସ୍ଥା ୪୦ରୁ ୭୦ ବର୍ଷ ବୟସ୍କ ଲୋକ ଉପକାର ପାଆନ୍ତି, ତେଣୁ ଏହି ସଂସ୍ଥା ପ୍ରତି ଦୁଇ ବର୍ଷରେ ଥରେ ୫୦ରୁ ୭୪ ବର୍ଷ ବୟସ୍କ ଲୋକଙ୍କର ସ୍କ୍ରିନିଙ୍ଗ କରିବାକୁ ଉପଦେଶ ଦେଇଥିଲେ । ଅଧିକ ସଂକଟାପନ୍ନ ଲୋକଙ୍କୁ ଟାମୋକ୍ସିଫେନ କିମ୍ବ ରାଲୋକ୍ସିଫେନ ଔଷଧ ବ୍ୟବହାର କରି ଅଧିକ ସଙ୍କଟ ଥିବା ଲୋକଙ୍କର ସ୍ତନ କର୍କଟ ରୋଗକୁ ପ୍ରତିରୋଧ କରିବାକୁ ଚେଷ୍ଟା କରାଯାଏ । ଏହି ଲୋକମାନଙ୍କର ଉଭୟ ସ୍ତନ ଅପରେଶନଦ୍ୱାର ବାହାର କରିଦେଇ ରୋଗ ରୋକିବାକୁ ଉପଦେଶ ଦିଆଯାଏ । କର୍କଟ ରୋଗ ହୋଇସାରିଥିଲେ ଅପରେଶନ, ରାଡିଏସନ ଥେରାପି, କେମୋଥେରାପି କିମ୍ବା ଟାର୍ଗେଟେଡ ଥେରାପିଦ୍ୱାରା ଚିକିତ୍ସା କରାଯାଏ । ସ୍ତନ କର୍କଟର ପରିସ୍ଥିତି ନେଇ ଅପରେଶନ କରାଯାଏ; ସୁରକ୍ଷାତ୍ମକ ବା ସମ୍ପୁର୍ଣ୍ଣ ନିଷ୍କାସନ । ଅପରେଶନ ସମୟରେ ବା ପରେ ସ୍ତନର ପୁନନିର୍ମାଣ କରାଯାଇପାରେ । ପ୍ରାରମ୍ଭ ସ୍ଥାନରୁ ଅନ୍ୟ ସ୍ଥାନକୁ ବ୍ୟାପିଥିଲେ କେବଳ ଆରାମ ଓ ପରିବର୍ତ୍ତିତ ଜୀବନ ନିମନ୍ତେ ଚେଷ୍ଟା କରାଯାଏ । ସ୍ତନ କର୍କଟର ପ୍ରକାର, ଅଗ୍ରସର ବା ରୋଗ ସ୍ଟେଜ ଓ ରୋଗୀର ବୟସ ଉପରେ ଫଳାଫଳ ନିର୍ଭର କରେ । ବିକଶିତ ଦେଶମାନଙ୍କରେ ବଞ୍ଚିବା ହାର ଅଧିକ, ଆମେରିକା ଓ ଇଂଲଣ୍ଡରେ ପାଞ୍ଚ ବର୍ଷ ଆୟୁଷ ହାର ୮୦ %ରୁ ୯୦ % । ବିକାଶଶୀଳ ଦେଶମାନଙ୍କରେଏହି ଆୟୁଷ ହାର ଅତି କମ । ପୃଥିବୀରେ ମହିଳାମାନଙ୍କଠାରେ ହେଉଥିବା ସମୁଦାୟ କର୍କଟ ମଧ୍ୟରେ ସ୍ତନ କର୍କଟ ହାର ସର୍ବାଧିକ, ପ୍ରାୟ ୨୫ % । ସନ ୨୦୧୨ର ହିସାବ ଅନୁସାରେ ୧.୬୮ ନିୟୁତ ସ୍ତନ କର୍କଟ ହୋଇଥିଲା ଓ ୫୨୨,୦୦୦ ମୃତ୍ୟୁ ହୋଇଥିଲା । ବିକଶିତ ଦେଶମାନଙ୍କରେ ଏହି ରୋଗ ଅଧିକ ଦେଖାଯାଏ ଓ ପୁରୁଷମାନଙ୍କ ରୋଗ ଅପେକ୍ଷା ଏହା ୧୦୦ ଗୁଣ ଅଧିକ ।
ମଙ୍ଗଳଯାନ ମଙ୍ଗଳ ଅଭିମୁଖେ ଭାରତର ପ୍ରଥମ ଅଭିଯାନ।୨୦୧୩ ମସିହା ନଭେମ୍ବର ୫ ତାରିଖ ଅପରାହ୍ନ ୨ଟା ୩୮ ମିନିଟରେ ଶ୍ରୀହରିକୋଟାର ସତୀଶ ଧବନ ମହାକାଶ କେନ୍ଦ୍ରରୁ ପିଏସଏଲଭି-ସି୨୫ଦ୍ୱାରା ଏହି ଯାନର ପ୍ରକ୍ଷେପଣ କରାଯାଇଥିଲା। ପୃଥିବୀ କକ୍ଷପଥରେ ପାଖାପାଖି ଏକ ମାସ ସମୟ ଅତିବାହିତ କଲାପରେ ୩୦ ନଭେମ୍ବର ୨୦୧୩ରେ ଏହି ଯାନ ମଙ୍ଗଳ ଅଭିମୁଖେ ଯାତ୍ରା ଆରମ୍ଭ କରିଥିଲା।ଦୀର୍ଘ ୨୯୮ ଦିନର ଯାତ୍ରା ପରେ ୨୪ ସେପ୍ଟେମ୍ବର ୨୦୧୪ରେ ସଫଳତାର ସହ ମଙ୍ଗଳ ଗ୍ରହର କକ୍ଷପଥରେ ଅନୁପ୍ରବେଶ କରି ମଙ୍ଗଳଯାନ ଆନ୍ତର୍ଗ୍ରହ ମହାକାଶ ଯାତ୍ରା ଇତିହାସରେ ପ୍ରଥମ ପ୍ରଚେଷ୍ଟାରେ ସଫଳ ହୋଇଥିବା ପ୍ରଥମ ଅଭିଯାନର ଖ୍ୟାତି ଲାଭ କଲା।
ବିଦ୍ୟୁତପ୍ରଭା ଦେବୀଙ୍କୁ, ଓଡ଼ିଆ ଭାଷାର ଶ୍ରେଷ୍ଠ ମହିଳା କବିମାନଙ୍କ ମଧ୍ୟରେ ପରିଗଣନା କରାଯାଏ । ନିଜ କାବ୍ୟ ସଙ୍କଳନ 'ସଞ୍ଚୟନ' ପାଇଁ, ସେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଲାଭ କରିଛନ୍ତି ।ରେଭେନ୍ସା ବାଳିକା ବିଦ୍ୟାଳୟରେ ମାତ୍ର ନବମ ଶ୍ରେଣୀ ଯାଏଁ ପଢିଥିବା ବିଦ୍ଯୁତପ୍ରଭା ଆପେ ଆପେ ଇଂରାଜୀ, ବଙ୍ଗଳା ଭାଷା,ବ୍ୟାକରଣ ତଥା କବିତା ରଚନାର ବିଭିନ୍ନ ବିଭବ ଶିକ୍ଷାକରିଥିଲେ । ନିଜ ପିତାଙ୍କ ବନ୍ଧୁ କୃଷ୍ଣଚନ୍ଦ୍ର କର, ରାଧାମୋହନ ଗଡ଼ନାୟକ ଓ ମାୟାଧର ମାନସିଂହ ଆଦିଙ୍କଦ୍ଵାରା ପ୍ରଭାବିତ ହୋଇ ୧୯୪୦ ମସିହାରୁ କବିତା ଲେଖିବା ଆରମ୍ଭ କରିଥିଲେ । ନିଜ ବଡ଼ ଭଉଣୀ ବାସନ୍ତି ଦେବୀଙ୍କ ସହ ମିଶି ୧୯୪୯ ମସିହାରେ 'ସବିତା' ନାମରେ ନିଜର ପ୍ରଥମ କାବ୍ୟ ସଙ୍କଳନ ପ୍ରକାଶ କରିଥିଲେ । ବିବାହ ପରେ, ତାଙ୍କ ସ୍ଵାମୀ ପଞ୍ଚାନନ ମହାନ୍ତି ତାଙ୍କୁ ଏ ଦିଗରେ ଉତ୍ସାହିତ କରିଥିଲେ ଏବଂ ତାଙ୍କର କବିତା ରଚନା ଅନବରତ ଚାଲିରହିଥିଲା । ୧୯୫୨ ମସିହାରେ ମାତୃତ୍ଵ ଲାଭ କରିବା ପରେ, ବିଦ୍ୟୁତପ୍ରଭା ଶିଶୁମାନଙ୍କ ପାଇଁ ଲେଖିବା ଆରମ୍ଭ କଲେ ଏବଂ ଖୁବ ଲୋକପ୍ରିୟ ହୋଇପାରିଥିଲେ ଓ ବହୁବାର ପୁରସ୍କୃତ ହୋଇଥିଲେ ।
ବୁଧେଇ ଓଷା ଓଡ଼ିଶାରେ ପାଳିତ ଏକ ଓଷା । ଏହା ଭାଦ୍ରବ ମାସର ୪ଟି କିମ୍ବା ପାଞ୍ଚଟି ବୁଧବାରରେ ପାଳିତ ହୁଏ । କେତେକ ସ୍ଥାନରେ ୫ଟି ବୁଧବାରରେ ପାଳିତ ହୁଏ । ଅନେକ ଗହ୍ମାପୂର୍ଣ୍ଣିମାଠାରୁ ଇନ୍ଦୁପୂର୍ଣ୍ଣିମା ଆଉ କେତେକ ସଂକ୍ରାନ୍ତି ଅନୁଯାୟୀ ଭାଦ୍ର ସଂକ୍ରାନ୍ତିରୁ ଆଶ୍ଵିନ ସଂକ୍ରାନ୍ତିକୁ ହିସାବକୁ ନେଇଥାନ୍ତି । ସାଧାରଣତଃ ସଧବା ନାରୀମାନେସନ୍ତାନ କାମନା କରିବା ଓ ତାର ଶୁଭ ମନାସିବା ଉଦ୍ଦେଶ୍ୟ ନେଇ ଏହି ଓଷା କରିଥାନ୍ତି । ଏହି ଓଷାଟି ନିର୍ଜଳ ଭାବେ ନିଷ୍ଠାର ସହ ପାଳନ କରାଯାଏ ।
ଭାରତୀୟ ସମ୍ବିଧାନର ମୁଖବନ୍ଧ ଓ ମୌଳିକ ବୈଶିଷ୍ଟ୍ୟ
ଭାରତୀୟ ସମ୍ବିଧାନର ବୈଶିଷ୍ଟ୍ୟ ବର୍ଣ୍ଣନା କଲାବେଳେ କେତେକ ପ୍ରଧାନ ବ୍ୟବସ୍ଥା ପ୍ରତି ଦୃଷ୍ଟିଦେବାକୁ ହୁଏ ।
ବାଲୁଙ୍କେଶ୍ୱର ମନ୍ଦିର ଓଡ଼ିଶାର ଯାଜପୁର ଜିଲ୍ଲାର ଥିବା କଷବା-ଷାଠିବାଟିରେ ଅବସ୍ଥିତ ଏକ ପୁରାତନ ଶିବ ମନ୍ଦିର । ଏଠାରେ ବାଲୁଙ୍କେଶ୍ୱର ପୂଜା ପାଇଥାନ୍ତି । ଆଗରୁ କଷବା ଓ ଷାଠିବାଟିରେ ବହୁଥିବା ଜୁଣେଇ ନଦୀର ଶୁଖିଲା ଶଯ୍ୟାରେ ଏହି ମନ୍ଦିରଟି ସ୍ଥାପନ ହୋଇଥିଲା । ଏହା ଏକାଦଶ ଶତାବ୍ଦୀରେ ସ୍ଥାପିତ ହୋଇଥିଲା । ଯାଜପୁରର କଇଆଁଗୋଲା ରାସ୍ତାର ମଙ୍ଗଳପୁରଠାରୁ ବଡକୁଆଁଲ ରାସ୍ତାରେ ୧.୫ କି.ମି.ଗଲେ ଥାଲକୁଡ଼ି ପଞ୍ଚାୟତର କଷବା ଏବଂ ପାଲଟପୁର ପଞ୍ଚାୟତର ଷାଠିବାଟିରେ ବାଲୁଙ୍କେଶ୍ୱର ମନ୍ଦିର ରହିଛି ।
ସର୍ଦ୍ଦାର ବଲ୍ଲଭଭାଇ ପଟେଲ(୩୧ ଅକ୍ଟୋବର ୧୮୭୫-୧୫ ଡିସେମ୍ବର ୧୯୫୦) ଜଣେ ଭାରତୀୟ ଓକିଲ ଥିଲେ ଯିଏକି ଭାରତୀୟ ଜାତୀୟ କଂଗ୍ରେସର ସଭ୍ୟ ଥିଲେ । ସେ ଜଣେ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଭାରତର ସ୍ୱାଧିନତା ସଂଗ୍ରାମରେ ତାଙ୍କ ଭୁମିକା ଗୁରୁତ୍ୱାପୁର୍ଣ ଥିଲା । ସ୍ୱାଧୀନ ଭାରତର ସେ ପ୍ରଥମ ଉପ-ପ୍ରଧାନମନ୍ତ୍ରୀ ଥିଲେ । ସ୍ୱାଧୀନତା ସମୟରେ ବିନା ରକ୍ତପାତରେ ଭାରତର ପ୍ରାୟ ସମସ୍ତ ରାଜ୍ୟଗୁଡ଼ିକୁ ଏକାଠି କରିବା, ତାଙ୍କର ଦକ୍ଷତାର ପ୍ରମାଣ ଦିଏ । ତାଙ୍କର ଏହି ବଳିଷ୍ଠ ଅବଦାନ ନିମିତ୍ତ ତାଙ୍କୁ "ଲୌହ ମାନବ "ର ଉପାଧି ମିଳିଥିଲା । ତାଙ୍କର ସ୍ମୃତିରେ ୨୦୧୪ ମସିହାରୁ ପ୍ରତିବର୍ଷ ତାଙ୍କର ଜନ୍ମତିଥି ୩୧ ଅକ୍ଟୋବରକୁ ରାଷ୍ଟ୍ରୀୟ ଏକତା ଦିବସ ରୂପେ ପାଳନ ହୋଇ ଆସୁଅଛି ।
ଗୌରହରି ଦାସ (୯ ଅକ୍ଟୋବର୍, ୧୯୬୦ ମସିହା) ଓଡ଼ିଆ ଭାଷାରେ ଗଳ୍ପ, ଉପନ୍ୟାସ, ନାଟକ ଓ ସ୍ତମ୍ଭ ଲେଖୁଥିବା ଲେଖକ। ୧୯୬୦ ମସିହାରେ ଅବିଭକ୍ତ ବାଲେଶ୍ୱର ଓ ବର୍ତ୍ତମାନର ଭଦ୍ରକ ଜିଲ୍ଲା ଅଧୀନ ଷଣ୍ଢଗଡ଼ାରେ ତାଙ୍କର ଜନ୍ମ। ହାଇସ୍କୁଲ୍ରେ ପଢ଼ିଲା ବେଳେ ତାଙ୍କର ପ୍ରଥମ ଗଳ୍ପ "କ୍ଷୀଣାଲୋକ" ପ୍ରକାଶ ପାଇଥିଲା। ଇତିମଧ୍ୟରେ ତାଙ୍କର ପ୍ରାୟ ପଚାଶ ଖଣ୍ଡ ପୁସ୍ତକ ପ୍ରକାଶିତ ହୋଇଛି। ସଂପ୍ରତି ସେ ଓଡ଼ିଆ ଖବରକାଗଜ "ସମ୍ବାଦ"ର ସାହିତ୍ୟ ସମ୍ପାଦକ ଏବଂ "କଥା" ପତ୍ରିକାର ସମ୍ପାଦକ ଭାବେ କାର୍ଯ୍ୟ କରିବା ସହ "ସମ୍ବାଦ ସ୍କୁଲ୍ ଅଫ୍ ମିଡିଅା ଅାଣ୍ଡ୍ କଲ୍ଚର ଅଧ୍ୟକ୍ଷ ଦାୟିତ୍ୱରେ ଅଛନ୍ତି। ସେ କେନ୍ଦ୍ର ସାହିତ୍ୟ ଅକାଦେମିର ଓଡ଼ିଆ ଭାଷା ଉପଦେଷ୍ଟା ମଣ୍ଡଳୀର ଅାବାହକ ତଥା ଏହାର କାର୍ଯ୍ୟନିର୍ବାହୀ ପରିଷଦର ସଦସ୍ୟ ଅଛନ୍ତି।