ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ବାଘ ବା ବ୍ୟାଘ୍ର (ଈଂରାଜୀରେ Tiger, ସମ୍ଵଲପୁରୀରେ ବାଘ୍, ହିନ୍ଦୀରେ बाघ, ଜୀବବିଜ୍ଞାନ ନାମ Panthera tigris) ବିଡ଼ାଳ ପ୍ରଜାତିର ସର୍ବବୃହତ ଜୀବପ୍ରଜାତି । ଏହାର ଈଷତ୍ ହଳଦିଆ ବା କମଳା ରଙ୍ଗର ଚମଡ଼ାରେ କଳା ରଙ୍ଗର ପଟା ପଟା ଦାଗ ଥାଏ ଓ ପେଟଟି ଧଳା ରଙ୍ଗର ହୋଇଥାଏ । ବାଘ, ସିଂହ, କଲରାପତରିଆ ବାଘ, ଜାଗୁଆର ଓ ହିମ କଲରାପତ୍ରିଆ ବାଘ ଇତ୍ୟାଦି ଜୀବ ପାନ୍ଥେରା ପ୍ରଜାତି ଭାବେ ପରିଗଣିତ ହୋଇଥାନ୍ତି । ବାଘ ନିଜ ପରିବାସର ଖାଦ୍ୟଶୃଙ୍ଖଳର ସର୍ବୋଚ୍ଚତମ ମାଂସାସୀ ଜୀବ । ଗୋରୁ ଓ ହରିଣ ପ୍ରଭୃତି ତୃଣଭୋଜୀ ପ୍ରାଣୀ ଏହାର ମୁଖ୍ୟ ଶିକାର । ବାଘମାନେ ମୁଖ୍ୟତଃ ଏକାକୀ ଜୀବନଯାପନ କରନ୍ତି, କେବଳ କେତେକ ପରିସ୍ଥିତିରେ କିଛି ବାଘମାନଙ୍କୁ ଏକାଠି ମିଳିମିଶି ରହୁଥିବା ଦେଖାଯାଏ । ବାଘମାନେ ସାଧାରଣତଃ ନିଜର ଏକ ଶିକାର କ୍ଷେତ୍ର ନିର୍ଦ୍ଧାରଣ କରି ତାହାର ନିୟନ୍ତ୍ରଣ କରନ୍ତି । ଶିକାରର ଚାହିଦା ମେଣ୍ଟାଇ ପାରୁଥିବା ଏକ ବିରାଟ ଅଞ୍ଚଳକୁ ସାଧାରଣତଃ ବାଘମାନେ ନିଜର ପରିବାସ ବା ଶିକାର କ୍ଷେତ୍ର ରୂପେ ଚୟନ କରିଥାନ୍ତି । ଅନେକ କାରଣରୁ ପୃଥିବୀର କେତେକ ଦେଶରେ ମନୁଷ୍ୟ ଓ ବାଘ ମୁହାଁମୁହିଁ ହେବା ଭଳି ପରିସ୍ଥିତି ସୃଷ୍ଟି ହୋଇଥାଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ସର୍ଦ୍ଦାର ବଲ୍ଲଭଭାଇ ପଟେଲ(୩୧ ଅକ୍ଟୋବର ୧୮୭୫-୧୫ ଡିସେମ୍ବର ୧୯୫୦) ଜଣେ ଭାରତୀୟ ଓକିଲ ଥିଲେ ଯିଏକି ଭାରତୀୟ ଜାତୀୟ କଂଗ୍ରେସର ସଭ୍ୟ ଥିଲେ । ସେ ଜଣେ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଭାରତର ସ୍ୱାଧିନତା ସଂଗ୍ରାମରେ ତାଙ୍କ ଭୁମିକା ଗୁରୁତ୍ୱାପୁର୍ଣ ଥିଲା । ସ୍ୱାଧୀନ ଭାରତର ସେ ପ୍ରଥମ ଉପ-ପ୍ରଧାନମନ୍ତ୍ରୀ ଥିଲେ । ସ୍ୱାଧୀନତା ସମୟରେ ବିନା ରକ୍ତପାତରେ ଭାରତର ପ୍ରାୟ ସମସ୍ତ ରାଜ୍ୟଗୁଡ଼ିକୁ ଏକାଠି କରିବା, ତାଙ୍କର ଦକ୍ଷତାର ପ୍ରମାଣ ଦିଏ । ତାଙ୍କର ଏହି ବଳିଷ୍ଠ ଅବଦାନ ନିମିତ୍ତ ତାଙ୍କୁ "ଲୌହ ମାନବ "ର ଉପାଧି ମିଳିଥିଲା । ତାଙ୍କର ସ୍ମୃତିରେ ୨୦୧୪ ମସିହାରୁ ପ୍ରତିବର୍ଷ ତାଙ୍କର ଜନ୍ମତିଥି ୩୧ ଅକ୍ଟୋବରକୁ ରାଷ୍ଟ୍ରୀୟ ଏକତା ଦିବସ ରୂପେ ପାଳନ ହୋଇ ଆସୁଅଛି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ଵର ବିଭିନ୍ନ ସ୍ଥାନରୁ ସ୍ଵେଚ୍ଛାସେବକ ମାନଙ୍କ ଅବଦାନଦ୍ଵାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ଵର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ବରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ଵାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ବାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ଵର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ପରାଧୀନ ଭାରତର ମୁକ୍ତିପୀଠ ରକ୍ତତୀର୍ଥ ଇରମ
ଭଦ୍ରକ ଜିଲା ବାସୁଦେବପୁର ବ୍ଲକରେ ଅବସ୍ଥିତ ରକ୍ତତୀର୍ଥ ଇରମ- ଯେଉଁଠି ଦିନେ ପରାଧୀନ ଭାରତର ମୁକ୍ତି ପାଇଁ ଦେଶପ୍ରେମୀଙ୍କ ଲୁହଲହୁ ଏକାଠି ହୋଇଥିଲା। ଦେଶ ପାଇଁ ଇଂରେଜର ବନ୍ଧୁକ ମୁନରେ ୨୯ଜଣ ସହିଦ ହୋଇଥିଲେ ଏବଂ ୫୬ଜଣ କ୍ଷତାକ୍ତ ହୋଇଥିଲେ। ସହିଦମାନଙ୍କ ମଧ୍ୟରେ ରହିଥିଲେ ପରୀ ବେୱା ନାମକ ଜଣେ ମହିଳା ସଂଗ୍ରାମୀ। ଦେଶପ୍ରେମର ଗାଥା ଗାଉଥିବା ଇରମ ମାଟିକୁ ବହୁ ବିଳମ୍ବରେ ମିଳିଛି ପର୍ଯ୍ୟଟନ ସ୍ଥଳର ମାନ୍ୟତା। ହେଲେ ଆଜିଯାଏ ବିକାଶର ଛୁଆଁ ଲାଗିପାରୁନି। ରକ୍ତରଞ୍ଜିତ ଇରମ ମାଟି ଆଜି ବି ଗୁମୁରି କାନ୍ଦୁଛି।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
କୁମାର ପୂର୍ଣ୍ଣିମା ଓଡ଼ିଶାର ଏକ ବିଶେଷ ପର୍ବ । ଏହା କୁମାରୋତ୍ସବ ବା କୋଜାଗର ପୂର୍ଣ୍ଣିମା ନାମରେ ମଧ୍ୟ ଜଣାଶୁଣା । ଆଶ୍ୱିନ ମାସ ପୂର୍ଣ୍ଣିମା ତିଥିରେ ଏହି ପର୍ବଟି ପାଳିତ ହୁଏ । ଏହି ପୂର୍ଣ୍ଣିମା ଶରତ ଋତୁରେ ପଡ଼ୁଥିବାରୁ କେତେକ ସ୍ଥାନରେ ଏହାକୁ ଶରତ ପୂର୍ଣ୍ଣିମା ମଧ୍ୟ କୁହାଯାଏ । ଏହିଦିନ ଜଗନ୍ମାତା ମା’ ଲକ୍ଷ୍ମୀ ଦେବୀଙ୍କର ଆରାଧନା କରାଯାଉଥିବାରୁ ଏହାକୁ ଗଜଲକ୍ଷ୍ମୀ ପୂଜା ବା କୋଜାଗାର ଲକ୍ଷ୍ମୀ ପୂଜା ମଧ୍ୟ କୁହାଯାଏ । ଏହି ଦିନ ଓଡ଼ିଶାବାସୀ ତୁଳସୀ ଚଉରା, ଗଜଲକ୍ଷ୍ମୀ, ଚନ୍ଦ୍ର, ସୂର୍ଯ୍ୟ ଓ କାର୍ତ୍ତିକଙ୍କର ପୂଜା ଆରାଧନା କରି ନିଜର ସୁଖ, ସୌଭାଗ୍ୟ, ଯଶ, ଧନ ଓ ପୌରୁଷ କାମନା କରିଥାନ୍ତି । ଓଡ଼ିଶାରେ ଏହି ପର୍ବ ସାଧାରଣତଃ କୁମାରୀ କନ୍ୟାମାନେ କାର୍ତ୍ତିକେୟଙ୍କ ଭଳି ସୁନ୍ଦର ଜୀବନସାଥୀ ପାଇବା ପାଇଁ କରିଥାନ୍ତି । ତେବେ ମହାରାଷ୍ଟ୍ର, ପଶ୍ଚିମ ବଙ୍ଗ, ଗୁଜରାଟ ଭଳି ଭାରତର ଅନ୍ୟାନ୍ୟ ରାଜ୍ୟରେ ସ୍ତ୍ରୀ ପୁରୁଷ ନିର୍ବିଶେଷରେ ସମସ୍ତେ ଏହି ପର୍ବକୁ ପାଳନ କରିଥାନ୍ତି । ଏହି ଦିନ ଚନ୍ଦ୍ର ପୃଥିବୀର ନିକଟତମ ସ୍ଥିତିରେ ଥାଏ ଏବଂ ଚନ୍ଦ୍ର କିରଣ ମଣିଷର ସ୍ୱାସ୍ଥ୍ୟ ଓ ଚିନ୍ତାଧାରା ଉପରେ ସକରାତ୍ମକ ପ୍ରଭାବ ପକାଇଥାଏ ବୋଲି ବିଶ୍ୱାସ ରହିଛି । ତେଣୁ ଏହି ଦିନଟିକୁ ଭାରତର ବିଭିନ୍ନ ପ୍ରାନ୍ତରେ ଖୁବ୍ ଆଡ଼ମ୍ବର ସହକାରେ ପାଳନ କରାଯାଇଥାଏ ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ଅନ୍ନପୂର୍ଣ୍ଣା ମହାରଣା (୧୯୧୭-୨୦୧୨) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ ଥିଲେ । ସେ ୧୯୧୭ ମସିହା ନଭେମ୍ବର ୩ ତାରିଖରେ କଟକର ବାଖରାବାଦଠାରେ ଜନ୍ମଗ୍ରହଣ କରିଥିଲେ । ସ୍ଵାଧୀନତା ସଂଗ୍ରାମୀ ବାପା ଗୋପବନ୍ଧୁ ଚୌଧୁରୀ ଓ ମା' ରମାଦେବୀ ଚୌଧୁରୀଙ୍କ ସଂଗ୍ରାମମୟ ଜୀବନର ଛିଟାପଡିଥିଲା ତାଙ୍କ ଉପରେ । ତାଙ୍କର ଶ୍ରଦ୍ଧାନାମ ଥିଲା "ଚୁନୁ" । ତେଣୁ ପରବର୍ତ୍ତୀ ସମୟରେ ସେ "ଚୁନୁଅପା" ନାମରେ ବେଶୀ ପରିଚିତ ହେଲେ । ଗୋପବନ୍ଧୁଙ୍କ ସପରିବାର ଗାନ୍ଧୀ-ନୀତି ଗ୍ରହଣ କରିଥିବାରୁ, ଅନ୍ନପୂର୍ଣ୍ଣାଙ୍କ ଉପରେ ପିଲାଦିନରୁ ଏହାର ପ୍ରଭାବ ପଡ଼ିଥିଲା ଓ ଏହି ଆଦର୍ଶରେ ସେ ଆଜୀବନ ବଞ୍ଚିଥିଲେ । ଗୋପବନ୍ଧୁ ନିଜର ସନ୍ତାନଙ୍କୁ ସରକାରୀ ସ୍କୁଲରେ ପଢାଇବାକୁ ଇଚ୍ଛୁକ ନଥିବାରୁ, ଅନ୍ନପୂର୍ଣ୍ଣାଙ୍କ ଶିକ୍ଷା ଘର ମଧ୍ୟରେ ହୋଇଥିଲା ।
ଦୁର୍ଗା ପୂଜା ଆଶ୍ଵିନ ମାସରେ ହିନ୍ଦୁମାନେ ପାଳନ କରୁଥିବା ଏକ ଉତ୍ସବ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନହେଲେ ସେତେବେଳେ ବ୍ରହ୍ମା, ଶ୍ରୀବିଷ୍ଣୁ ଓ ଶିବଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜଦ୍ଵାରା ଦୁର୍ଗାଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳଦ୍ଵାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଗଦ୍ଵାରା ଶିରଚ୍ଛେଦ କଲେ । ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ମାଳତୀ ଚୌଧୁରୀ ୨୬ ଜୁଲାଇ ୧୯୦୪ରେ ଏକ ବ୍ରାହ୍ମ ପରିବାରରେ ବାପା ବାରିଷ୍ଟର କୁମୁଦ ନାଥ ସେନ ଓ ମାଆ ସ୍ନେହଲତା ସେନଙ୍କ ଠାରୁ ଜନ୍ମ ନେଇଥିଲେ । ୨.୫ ବର୍ଷ ବୟସରେ ବାପାଙ୍କୁ ହରାଇ ସେ ମାଆଙ୍କ ଦେଇ ପରିପାଳିତ ହୋଇଥିଲେ । ବିଶ୍ଵକବି ରବିନ୍ଦ୍ରନାଥ ତାଙ୍କୁ ସ୍ନେହରେ ମିନୁ ଓ ଗାନ୍ଧୀଜୀ ତାଙ୍କୁ ତୁଫାନୀ ନାମରେ ଡାକୁଥିଲା ବେଳେ ସେ ଓଡ଼ିଶାବାସୀଙ୍କ ଆଦରଣୀୟ ନୂମା (ନୂଆ ମା) ଭାବେ ପରିଚିତ ଥିଲେ ।
ମାଦଳା ପାଞ୍ଜି ଓଡ଼ିଶାରେ ରାଜତ୍ଵ କରୁଥିବା ବିଭିନ୍ନ ରାଜବଂଶର ଏକ ଇତିହାସ ପୋଥି ତଥା ପୁରୀ ଜଗନ୍ନାଥ ମନ୍ଦିରରେ ଶ୍ରୀ ଜଗନ୍ନାଥଙ୍କ ପାଖରେ ପୂଜିତ । ଖ୍ରୀଷ୍ଟୀୟ ଦ୍ଵାଦଶ ଶତାବ୍ଦୀଠାରୁ ଉନବିଂଶ ଶତାବ୍ଦୀର ମଧ୍ୟଭାଗ ପର୍ଯ୍ୟନ୍ତ ଶ୍ରୀଜଗନ୍ନାଥଙ୍କ ଇତିବୃତ୍ତ ଏଥିରୁ ମିଳିଥାଏ । ରାଜା ଓ ମନ୍ଦିରର ଇତିହାସ ଲେଖିବାପାଇଁ ସଙ୍କଳ୍ପ କରିଥିବା ଲିଖନକାରମାନେ ମଝିରେ ମଝିରେ ବିଭିନ୍ନ କିମ୍ବଦନ୍ତୀ ପ୍ରୟୋଗ କରିବାରେ ଗ୍ରନ୍ଥଟି ସାହିତ୍ୟିକ ମର୍ଯ୍ୟାଦା ଲାଭ କରିପାରିଛି । ଓଡ଼ିଆ ଗଦ୍ୟ ସାହିତ୍ୟର ବିକାଶରେ ଉଭୟ ଭାଷା ଓ ଶୈଳୀ ଦୃଷ୍ଟିରୁ ମାଦଳାପାଞ୍ଜିର ସ୍ଥାନ ସ୍ଵତନ୍ତ୍ର ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ଦୁର୍ଗା ପୂଜା ହିନ୍ଦୁଧର୍ମାବଲମ୍ବୀମାନଙ୍କର ତଥା ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହି ପର୍ବର ଶେଷ ଦିନଟିକୁ ଦଶହରା ବା ବିଜୟା ଦଶମୀ ନାମରେ ପରିଚିତ । ଦୁର୍ଗା ପୂଜା ଶକ୍ତି ଉପାସନାର ପର୍ବ । ଏହା ବିଭିନ୍ନ କୁଳାଚାର ମତେ ଷୋଳଦିନ, ନଅଦିନ ବା ତିନିଦିନ ଧରି ପାଳିତ ହୁଏ । ମୁଖ୍ୟତଃ ଶରତ ଋତୁର ଆଶ୍ଵିନ ଶୁକ୍ଲପକ୍ଷ ପ୍ରତିପଦ ଠାରୁ ନବମୀ ବିଶେଷଭାବେ ଦେବୀଙ୍କ ପୂଜନର ପ୍ରକୃଷ୍ଟ ସମୟ ହୋଇଥିଲେ ହେଁ ଚୈତ୍ର ଶୁକ୍ଲ ପକ୍ଷରେ ମଧ୍ୟ ଏହା ବାସନ୍ତୀ ନବରାତ୍ର ରୂପେ ପାଳନ କରାଯାଇଥାଏ । ଦେବୀ ପୁରାଣ ଓ କାଳିକା ପୁରାଣରେ ଦୁର୍ଗାପୂଜାକୁ ଶାରଦୀୟ ପାର୍ବଣ କୁହାଯାଉଥିବା ବେଳେ ମାର୍କଣ୍ଡେୟ ପୁରାଣରେ ବାର୍ଷିକୀ ଶାରଦ ପୂଜନ କୁହାଯାଏ । ଦେବୀ ଦୁର୍ଗା ଦୁଃଖନାଶିନୀ।ନବରାତ୍ରୀରେ ଦୁର୍ଗାଙ୍କୁ ଶ୍ରଦ୍ଧାର ସହ ପୂଜା କଲେ ଉପାସକ ନବଶକ୍ତି ପ୍ରାପ୍ତ ହେଇଥାନ୍ତି । ଶାରଦୀୟ ନବରାତ୍ରୀ କାଳରେ ବ୍ରହ୍ମାଣ୍ଡର ସମସ୍ତ ଗ୍ରହ ସକ୍ରିୟ ଥିବାରୁ ଶକ୍ତି ଉପାସକଙ୍କର କୈଣସି ଅନିଷ୍ଟ ହୁଏନାହିଁ । ଦୁର୍ଗାଙ୍କର ଏହି ନବଶକ୍ତି ଜାଗ୍ରତ କରିବା ପାଇଁ ନବାର୍ଣ୍ଣ ବା ନବାକ୍ଷରୀ ମନ୍ତ୍ର ଜପ କରିବା ପାଇଁ ପରାମର୍ଶ ଦିଆଯାଇଛି । ନବର ଅର୍ଥ ନଅ ଓ ଅର୍ଣର ଅର୍ଥ ଅକ୍ଷର । ନବାର୍ଣ୍ଣ ମନ୍ତ୍ରଟି ହେଉଛି - ଐଂ ହ୍ଲୀଂ କ୍ଲୀଂ ଚାମୁଣ୍ଡାୟୈ ବିଚ୍ଚେ।ଏହି ମନ୍ତ୍ରର ପ୍ରତ୍ୟେକ ଅକ୍ଷର ଦୁର୍ଗାଙ୍କ ଗୋଟିଏ ଗୋଟିଏ ଶକ୍ତିର ପରିଚାୟକ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏକ ସାରସ୍ୱତ ସମ୍ମାନ ଯାହା ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ସାହିତ୍ୟର ଜଣେ ସାହିତ୍ୟିକଙ୍କ ସମଗ୍ର ରଚନାବଳୀ ପାଇଁ ପ୍ରଦାନ କରାଯାଇଥାଏ । ଏହା ଏକାଡେମୀଦ୍ୱାରା ପ୍ରଦତ୍ତ ସର୍ବୋଚ୍ଚ ସାରସ୍ଵତ ସମ୍ମାନ । ଏହା ପଞ୍ଚଦଶ ଶତାବ୍ଦୀର ଓଡ଼ିଆ କବି ଓ ଓଡ଼ିଆ ଭାଗବତର ରଚୟିତା ଜଗନ୍ନାଥ ଦାସଙ୍କ ନାମରେ ନାମିତ । ପୁରସ୍କାର ବିଜେତାଙ୍କୁ ମାନପତ୍ର, ଉପଢୌକନ ସହ ନଗଦ ଏକ ଲକ୍ଷ ଟଙ୍କାର ଅର୍ଥ ରାଶି ପ୍ରଦାନ କରାଯାଏ । ୧୯୯୩ରୁ ପ୍ରବର୍ତ୍ତିତ ଏହି ସମ୍ମାନର ପ୍ରଥମ ପ୍ରାପକ ହେଉଛନ୍ତି ଓଡ଼ିଆ କବି ରାଧାମୋହନ ଗଡ଼ନାୟକ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଜାତୀୟ ପୁରସ୍କାରପ୍ରାପ୍ତ ଓଡ଼ିଆ ସିନେମା
ଓଡ଼ିଆ ସିନେମା ଇତିହାସରେ ଅନେକ ସିନେମା ଓ ସିନେ କଳାକାର, ନିର୍ଦ୍ଦେଶକ, ଲେଖକ ଓ ଅନ୍ୟାନ୍ୟ ଟେକନିସିଆନ ଜାତୀୟ ପୁରସ୍କାରରେ ମହିମା ମଣ୍ଡିତ ହୋଇଅଛନ୍ତି । ଜାତୀୟ ପୁରସ୍କାର ଭାରତର ରାଷ୍ଟ୍ରପତିଙ୍କ ଦେଇ ଦିଆଯାଇଥାଏ । ଭାରତ ସରକାରଙ୍କ ଅଧିନରେ ଏକ ଜୁରି କମିଟି ବିଭିନ୍ନ ବିଷୟକୁ ବିଚାର କରି ଏହି ପୁରସ୍କାର ପ୍ରଦାନ କରିଥାଆନ୍ତି ।
ବାସ୍ତୁ ଶାସ୍ତ୍ର ଏକ ପାରମ୍ପରିକ ହିନ୍ଦୁ ବ୍ୟବସ୍ଥା ଅଟେ ଯାହା ଶାବ୍ଦିକ ରୂପରେ ବସ୍ତୁକଳାର ବିଜ୍ଞାନର ଅନୁବାଦ କରିଥାଏ । ଏହା ଭାରତୀୟ ଉପ ମହାଦ୍ବୀପରେ ପାଇଥିବା ଗ୍ରନ୍ଥ ଅଟେ ଯାହା ଡିଜାଇନ, ଲେଆଉଟ, ମାପ, ଜମିର ପ୍ରସ୍ତୁତି, ଅନ୍ତରୀକ୍ଷ ବ୍ୟବସ୍ଥା ଏବଂ ସ୍ଥାନୀୟ ଜ୍ୟାମିତିର ସିଦ୍ଧାନ୍ତର ବର୍ଣ୍ଣନା କରିଥାଏ । ବାସ୍ତୁ ଶାସ୍ତ୍ରରେ ପାରମ୍ପରିକ ହିନ୍ଦୁ ସାମିଲ ଥାନ୍ତି ଏବଂ କିଛି ମାମଲାରେ ବୌଦ୍ଧ ବିଶ୍ୱାସର ଆବଶ୍ୟକତା, ଡିଯାଇନର ଉଦେଶ୍ୟ ପ୍ରକୃତି ସହିତ ବାସ୍ତୁକଳା, ସାରଞ୍ଚନାର ବିଭିନ୍ନ ଅଂଶର ପାରିବାରିକ କାର୍ଯ୍ୟ ଏବଂ ଜ୍ୟାମିତୀୟ ଯନ୍ତ୍ରର ଉପଯୋଗ କରୁଥିବା ପ୍ରାଚୀନ ମାନ୍ୟତା, ସମମିତି ଏବଂ ଦେଶାତ୍ମକ ସଂଗ୍ରକ୍ଷଣ ସାମିଲ ହୋଇଥାଏ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ବାମାପଦ ତ୍ରିପାଠୀ ଏବେ ସମାଜର ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ଵରୂପରାଣୀ ଥିଲା । ସେ ସ୍ଵାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ଵଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ଵାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ପାରାସିଟାମଲ, ଅନ୍ୟ ନାମ ଆସେଟାମିନୋଫେନ ବା ଏପିଏପି, ଏକ ଔଷଧ ଯାହା ଯନ୍ତ୍ରଣା ଓ ଜ୍ୱର ନିମନ୍ତେ ଦିଆଯାଏ । ଏହା ସାମାନ୍ୟରୁ ମଧ୍ୟମ ଧରଣର ଯନ୍ତ୍ରଣାରେ ଦିଆଯାଏ । ପିଲାମାନେ ଜ୍ୱରରେ ଏହି ଔଷଧଦ୍ୱାରା କମ୍ ଉପକାର ପାଇବା ଜଣାଯାଏ । ଏହା ଅନ୍ୟ ଔଷଧ ସହ ମିଶ୍ରିତ ଭାବରେ ମଧ୍ୟ ଦିଆଯାଏ ଯେପରିକି ସର୍ଦ୍ଦି ଔଷଧରେ ଥାଏ । ଅପରେଶନ ପରେ ବା କର୍କଟ ରୋଗରେ ହେଉଥିବା କଷ୍ଟ ନିମନ୍ତେ ଏହା ସହିତ ଓପିଅଏଡ ଔଷଧ ମିଶେଇ ଦିଆଯାଏ । ଏହା ପାଟିରେ ଦିଆଯାଏ ବା ମଳଦ୍ୱାରରେ ଭର୍ତ୍ତି କରି ଦିଆଯାଏ: ଶିରାଭ୍ୟନ୍ତରରେ ମଧ୍ୟ ଦିଆଯାଏ । ଔଷଧ ପ୍ରଭାବ ୨ରୁ ୪ ଘଣ୍ଟା ରହେ ।ଉପଦେଶ ଅନୁଯାୟୀ ପାରାସେଟାମୋଲ ମାତ୍ରା ନେଲେ ନିରାପଦ ହୁଏ । ସାଂଘାତିକ ଚର୍ମ ରାସ କ୍ୱଚିତ ହୁଏ । ଅତ୍ୟଧିକ ମାତ୍ରାର ଔଷଧ ନେଲେ ଯକୃତ ଫେଲ୍ ହୋଇପାରେ । ଗର୍ଭାବସ୍ଥା ଓ ସ୍ତନ୍ୟପାନ ସମୟରେ ଏହା ନିରାପଦ ଜଣାଯାଏ । ଯକୃତ ରୋଗ ଥିଲେ ଏହା ଅଳ୍ପ ମାତ୍ରାରେ ଦିଆଯାଏ । ପାରାସେଟାମୋଲ ଏକ ସାମାନ୍ୟ ଯନ୍ତ୍ରଣାନିରୋଧୀ ଶ୍ରେଣୀର ଔଷଧ । ଏହା ଉଲ୍ଲେଖନୀୟ ପ୍ରଦାହନିବାରକ ନ ହୋଇ କିପରି କାମ କରେ ତାହା ସ୍ପଷ୍ଟରୂପେ ଜଣାଯାଇ ନାହିଁ ।ପାରାସିଟାମଲ ସନ ୧୮୭୭ ଖ୍ରୀଷ୍ଟାବ୍ଦରେ ଆବିଷ୍କୃତ ହୋଇଥିଲା । ୟରୋପ ଓ ଯୁକ୍ତରାଷ୍ଟ୍ର ଆମେରିକାରେ ଏହା ଯନ୍ତ୍ରଣା ଓ ଜ୍ୱର ନିମନ୍ତେ ଦିଆଯାଏ । ଏହାର ନାମ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଅତ୍ୟାବଶ୍ୟକୀୟ ଔଷଧ ଚିଠାରେ ଅଛି ଯାହା ମୌଳିକ ସ୍ୱାସ୍ଥ୍ୟ ସିସ୍ଟମ ନିମନ୍ତେ ଅତି ମହତ୍ତ୍ୱପୂର୍ଣ୍ଣ । ଏହା ଜେନେରିକ ଔଷଧ ନାମରେ ଉପଲବ୍ଧ ହେଲେ ମଧ୍ୟ ଟାଇଲେନଲ ଓ ପାନାଡୋଲ ଭଳି ଅନ୍ୟ ନାମରେ ମିଳେ । ଏକ ଡୋଜର ହୋଲସେଲ ମୂଲ୍ୟ ୦.୦୧ ଆମେରିକୀୟ ଡଲାର । ଯୁକ୍ତରାଷ୍ଟ୍ର ଆମେରିକାରେ ଏକ ଡୋଜର ମୂଲ୍ୟ ୦.୦୪ ଡଲାର ।
ବଲାଙ୍ଗୀର ଜିଲ୍ଲାର ପାଟଣାଗଡ ଉପଖଣ୍ଡ ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ପର୍ବତର ପାଦଦେଶରେ ଥିବା ହରିଶଙ୍କର ଉଭୟ ଶୈବପୀଠ ଓ ପ୍ରାକୃତିକ ସୌନ୍ଦର୍ଯ୍ୟ ପାଇଁ ପ୍ରସିଦ୍ଧ । ଏହାର ଦୂରତା ସଦର ମହକୁମାରୁ ପ୍ରାୟ ୮୦ କି.ମି ହେବ । ଗନ୍ଧମାର୍ଦ୍ଦନ ପର୍ବତର ଉତ୍ତରାଞ୍ଚଳରେ ବରଗଡ଼ ଜିଲ୍ଲାର ପ୍ରସିଦ୍ଧ ନୃସିଂହନାଥ ମନ୍ଦିର ଥିବାବେଳେ ଦକ୍ଷିଣରେ ରହିଛି ହରିଶଙ୍କର । ଏହି ପୀଠରେ ହରି ଓ ଶଙ୍କର ଏକାଠି ପୂଜା ପାଉଥିବାରୁ ଏହି ପୀଠର ସ୍ଵତନ୍ତ୍ରତା ରହିଛି । ହରିଶଙ୍କର ମନ୍ଦିର ଏବଂ ନୃସିଂହନାଥ ମନ୍ଦିର ମଧ୍ୟରେ ଅବସ୍ଥିତ ମାଳଭୂମିରେ ବୌଦ୍ଧ ଧର୍ମାଲମ୍ବୀଙ୍କଦ୍ୱାରା ନିର୍ମାଣ କରାଯାଇଥିବା ଧ୍ୱସ୍ତବିଧ୍ୱସ୍ତ ଏକ ପ୍ରାଚୀନ ପରିମଳଗିରି ବିଶ୍ୱବିଦ୍ୟାଳୟ ରହିଛି ।
ଗାଲିଲିଓଙ୍କ ଜନ୍ମ , ପିସାଠାରେ (ଫେବ୍ରୁୟାରୀ ୧୫ , ୧୫୬୪) ହେଇଥିଲା । (ଠିକ ସେହି ବର୍ଷ ୱିଲିୟମ ସେକ୍ସପିଅରଙ୍କ ମଧ୍ୟ ଜନ୍ମ ହୋଇଥିଲା) ଗାଲିଲିଓ ନିଜ ଛଅ ଭାଇ ଓ ଭଉଣୀଙ୍କ ଭିତରେ ବଡ ଥିଲେ । ଗାଲିଲିଓଙ୍କ ପିତା, ଭିନସେଞ୍ଜୋ ଗାଲିଲି (Vincenzo Galilei), ଇଟାଲୀର ପିସାଠାରେ ପଶମ ବ୍ୟବସାୟ କରୁଥିଲେ । ସମ୍ଭ୍ରାନ୍ତ ବଂଶରେ ଜନ୍ମ ହୋଇ ସୁଦ୍ଧା, ଆର୍ଥିକ ଅନଟନ ଯୋଗୁଁ ତାଙ୍କ ପିତା କୁଳ ଗୌରବ ରକ୍ଷାକରି ନପାରି ସଙ୍ଗୀତ ରଚନା କରି ପରିବାର ପରିପୋଷଣ କରୁଥାନ୍ତି । ଶେଷରେ ସେ ବ୍ୟବସାୟରେ ପଶିଲେ । ଗାଲିଲିଓ ସେତେବେଳେ ଛୋଟପିଲା ହୋଇଥିଲେ ମଧ୍ୟ ସଙ୍ଗୀତକୁ ଆଦରି ନେଲେ । ବଂଶୀ ବଜାଇ ଓ ଗୀତଗାଇ ସେ ସମସ୍ତଙ୍କୁ ମୁଗ୍ଧ କରି ଦେଉଥିଲେ । ସେ ଚିତ୍ର ଅଙ୍କିବାରେ ପାରଦର୍ଶୀ ଥିଲେ । ପିଲାଙ୍କ ପାଇଁ ଖେଳଣା ଓ କଣ୍ଢେଇ ମଧ୍ୟ ତିଆରି କରୁଥିଲେ । ଯିଏ ଦେଖୁଥିଲା ତାଙ୍କ ହାତର ପ୍ରଶଂସା ନକରି ରହିପାରୁନଥିଲା ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ସ୍ଵାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ଵ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ଵଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ଵଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ଵନାଥ ଦତ୍ତ ଓ ଭୁବନେଶ୍ଵରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ଵାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା ।
ଗୀତଗୋବିନ୍ଦ କବି ଜୟଦେବଙ୍କଦ୍ଵାରା ସଂସ୍କୃତ ଭାଷାରେ ରଚିତ ଦ୍ୱାଦଶ ଶତାବ୍ଦୀର ଏକ କାବ୍ୟ । ଦ୍ଵାଦଶ ସର୍ଗ ବିଶିଷ୍ଟ ଏହି କାବ୍ୟଟି ରାଧାକୃଷ୍ଣଙ୍କ ରାସଲୀଳା ଉପରେ ପର୍ଯ୍ୟବେସିତ । ବୈଷ୍ଣବ ଭକ୍ତି ମାର୍ଗ ଉପରେ ଗୀତଗୋବିନ୍ଦ କାବ୍ୟର ବିଶେଷ ପ୍ରଭାବ ପଡିଛି । କାନ୍ତ କୋମଳ ପଦାବଳୀ, ମଧୁର ଶବ୍ଦ ସଂଯୋଜନା, ଭକ୍ତି ଭାବରେ ପୂର୍ଣ୍ଣ ବିଷୟ ନିମନ୍ତେ ଗୀତଗୋବିନ୍ଦର ସଂସ୍କୃତ ସାହିତ୍ୟରେ ଏକ ବିଶେଷ ସ୍ଥାନ ରହିଚି । ପ୍ରସିଦ୍ଧ ଦଶାବତାର ବର୍ଣ୍ଣନା ଓ ସ୍ତୋତ୍ର ଏହି କାବ୍ୟର ପ୍ରଥମ ସର୍ଗରେ ରହିଛି । ଶ୍ରୀ ଜଗନ୍ନାଥ ସଂସ୍କୃତି ଓ ପରମ୍ପରାରେ ମଧ୍ୟ ଗୀତଗୋବିନ୍ଦର ଏକ ପ୍ରଧାନ ସ୍ଥାନ ରହିଛି।
ନବରଙ୍ଗପୁର (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'ନବରଙ୍ଗପୁର' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଅନୁସୂଚିତ ଜନଜାତିର ପ୍ରାର୍ଥୀଙ୍କ ନିମନ୍ତେ ସଂରକ୍ଷିତ ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଲକ୍ଷ୍ମୀ ଅଗ୍ରୱାଲ (ଜନ୍ମ ୧ ଜୁନ ୧୯୯୦) ଜଣେ ଭାରତୀୟ ଏସିଡ-ଆକ୍ରମଣ ପୀଡିତା ଯିଏ କି ପରବର୍ତ୍ତୀ ସମୟରେ "Stop Acid Attack" ଅଭିଯାନର ପ୍ରଚାରକ ଭାବେ ଏଭଳି ପୀଡିତା ମାନଙ୍କର ଚିକିତ୍ସା ତଥା ଥଇଥାନ ପାଇଁ କାର୍ଯ୍ୟ କରିଆସୁଛନ୍ତି । ଏସିଡ ବିକ୍ରି ଉପରେ କଟକଣା ଲାଗୁ କରିବା ନିମନ୍ତେ ସେ ୨୭,୦୦୦ ସମର୍ଥକଙ୍କ ହସ୍ତାକ୍ଷର ଏକତ୍ର କରି ଭାରତର୍ ସର୍ବୋଚ୍ଚ ନ୍ୟାୟାଳୟରେ ଏକ ଜନସ୍ୱାର୍ଥ ମାମଲା ମାଧ୍ୟମରେ ନ୍ୟାୟାଳୟଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ଫଳରେ ଉକ୍ତ ମାମଲାରେ ( ଲକ୍ଷ୍ମୀ ବନାମ ଭାରତ ସରକାର ) ସର୍ବୋଚ୍ଚ ନ୍ୟାୟାଳୟ ସମସ୍ତ ରାଜ୍ୟ ତଥା କେନ୍ଦ୍ର ଶାସିତ ଅଞ୍ଚଳକୁ ଏସିଡ ବିକ୍ରି ଉପରେ କଟକଣା ଜାରି କରିବା ସହ ଏଭଳି ମାମଲାର ତ୍ୱରିତ ଫଇସଲା ଦିଗରେ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଜାରି କରିଥିଲେ । ସଂପ୍ରତି ସେ "Chhanv Foundation" ନାମକ ଏକ ବେସରକାରୀ ସଂଗଠନର ନିର୍ଦ୍ଦେଶିକା ଅଛନ୍ତି ଯାହାକି ଏସିଡ-ଆକ୍ରମଣ ପୀଡିତାଙ୍କ ଥଇଥାନ ଦିଗରେ କାମ କରିଥାଏ ।