ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ସର୍ଦ୍ଦାର ବଲ୍ଲଭଭାଇ ପଟେଲ(୩୧ ଅକ୍ଟୋବର ୧୮୭୫-୧୫ ଡିସେମ୍ବର ୧୯୫୦) ଜଣେ ଭାରତୀୟ ଓକିଲ ଥିଲେ ଯିଏକି ଭାରତୀୟ ଜାତୀୟ କଂଗ୍ରେସର ସଭ୍ୟ ଥିଲେ । ସେ ଜଣେ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଭାରତର ସ୍ୱାଧିନତା ସଂଗ୍ରାମରେ ତାଙ୍କ ଭୁମିକା ଗୁରୁତ୍ୱାପୁର୍ଣ ଥିଲା । ସ୍ୱାଧୀନ ଭାରତର ସେ ପ୍ରଥମ ଉପ-ପ୍ରଧାନମନ୍ତ୍ରୀ ଥିଲେ । ସ୍ୱାଧୀନତା ସମୟରେ ବିନା ରକ୍ତପାତରେ ଭାରତର ପ୍ରାୟ ସମସ୍ତ ରାଜ୍ୟଗୁଡ଼ିକୁ ଏକାଠି କରିବା, ତାଙ୍କର ଦକ୍ଷତାର ପ୍ରମାଣ ଦିଏ । ତାଙ୍କର ଏହି ବଳିଷ୍ଠ ଅବଦାନ ନିମିତ୍ତ ତାଙ୍କୁ "ଲୌହ ମାନବ "ର ଉପାଧି ମିଳିଥିଲା । ତାଙ୍କର ସ୍ମୃତିରେ ୨୦୧୪ ମସିହାରୁ ପ୍ରତିବର୍ଷ ତାଙ୍କର ଜନ୍ମତିଥି ୩୧ ଅକ୍ଟୋବରକୁ ରାଷ୍ଟ୍ରୀୟ ଏକତା ଦିବସ ରୂପେ ପାଳନ ହୋଇ ଆସୁଅଛି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଦୁର୍ଗା ପୂଜା ହିନ୍ଦୁଧର୍ମାବଲମ୍ବୀମାନଙ୍କର ତଥା ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହି ପର୍ବର ଶେଷ ଦିନଟିକୁ ଦଶହରା ବା ବିଜୟା ଦଶମୀ ନାମରେ ପରିଚିତ । ଦୁର୍ଗା ପୂଜା ଶକ୍ତି ଉପାସନାର ପର୍ବ । ଏହା ବିଭିନ୍ନ କୁଳାଚାର ମତେ ଷୋଳଦିନ, ନଅଦିନ ବା ତିନିଦିନ ଧରି ପାଳିତ ହୁଏ । ମୁଖ୍ୟତଃ ଶରତ ଋତୁର ଆଶ୍ଵିନ ଶୁକ୍ଲପକ୍ଷ ପ୍ରତିପଦ ଠାରୁ ନବମୀ ବିଶେଷଭାବେ ଦେବୀଙ୍କ ପୂଜନର ପ୍ରକୃଷ୍ଟ ସମୟ ହୋଇଥିଲେ ହେଁ ଚୈତ୍ର ଶୁକ୍ଲ ପକ୍ଷରେ ମଧ୍ୟ ଏହା ବାସନ୍ତୀ ନବରାତ୍ର ରୂପେ ପାଳନ କରାଯାଇଥାଏ । ଦେବୀ ପୁରାଣ ଓ କାଳିକା ପୁରାଣରେ ଦୁର୍ଗାପୂଜାକୁ ଶାରଦୀୟ ପାର୍ବଣ କୁହାଯାଉଥିବା ବେଳେ ମାର୍କଣ୍ଡେୟ ପୁରାଣରେ ବାର୍ଷିକୀ ଶାରଦ ପୂଜନ କୁହାଯାଏ । ଦେବୀ ଦୁର୍ଗା ଦୁଃଖନାଶିନୀ।ନବରାତ୍ରୀରେ ଦୁର୍ଗାଙ୍କୁ ଶ୍ରଦ୍ଧାର ସହ ପୂଜା କଲେ ଉପାସକ ନବଶକ୍ତି ପ୍ରାପ୍ତ ହେଇଥାନ୍ତି । ଶାରଦୀୟ ନବରାତ୍ରୀ କାଳରେ ବ୍ରହ୍ମାଣ୍ଡର ସମସ୍ତ ଗ୍ରହ ସକ୍ରିୟ ଥିବାରୁ ଶକ୍ତି ଉପାସକଙ୍କର କୈଣସି ଅନିଷ୍ଟ ହୁଏନାହିଁ । ଦୁର୍ଗାଙ୍କର ଏହି ନବଶକ୍ତି ଜାଗ୍ରତ କରିବା ପାଇଁ ନବାର୍ଣ୍ଣ ବା ନବାକ୍ଷରୀ ମନ୍ତ୍ର ଜପ କରିବା ପାଇଁ ପରାମର୍ଶ ଦିଆଯାଇଛି । ନବର ଅର୍ଥ ନଅ ଓ ଅର୍ଣର ଅର୍ଥ ଅକ୍ଷର । ନବାର୍ଣ୍ଣ ମନ୍ତ୍ରଟି ହେଉଛି - ଐଂ ହ୍ଲୀଂ କ୍ଲୀଂ ଚାମୁଣ୍ଡାୟୈ ବିଚ୍ଚେ।ଏହି ମନ୍ତ୍ରର ପ୍ରତ୍ୟେକ ଅକ୍ଷର ଦୁର୍ଗାଙ୍କ ଗୋଟିଏ ଗୋଟିଏ ଶକ୍ତିର ପରିଚାୟକ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଦୁର୍ଗା ପୂଜା ଆଶ୍ଵିନ ମାସରେ ହିନ୍ଦୁମାନେ ପାଳନ କରୁଥିବା ଏକ ଉତ୍ସବ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନହେଲେ ସେତେବେଳେ ବ୍ରହ୍ମା, ଶ୍ରୀବିଷ୍ଣୁ ଓ ଶିବଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜଦ୍ଵାରା ଦୁର୍ଗାଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳଦ୍ଵାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଗଦ୍ଵାରା ଶିରଚ୍ଛେଦ କଲେ । ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ ।
ବାମିୟାନ୍ର ବୁଦ୍ଧ ପ୍ରତିମୂର୍ତ୍ତି (ଇଂରାଜୀରେ The Buddhas of Bamiyan, ପାରସୀ ଭାଷାରେ بتهای باميان – ବୋଟ୍-ହାୟେ ବାମିୟାନ୍) ହେଉଛି ୬ଷ୍ଠ ଶତାବ୍ଦୀରେ କେନ୍ଦ୍ରୀୟ ଆଫଗାନିସ୍ତାନର ବାମିୟାନ୍ ପ୍ରଗଣାର ହଜାରାଜାତ୍ ଉପତ୍ୟକାର ଏକ ପାହାଡ଼ କାନ୍ଥରେ ଖୋଦିତ ବିଶାଳକାୟ ବୁଦ୍ଧ ପ୍ରତିମୂର୍ତ୍ତି । ଉକ୍ତ କଳାକୃତି ରାଜଧାନୀ କାବୁଲ୍ର ଉତ୍ତର-ପୂର୍ବକୁ ପ୍ରାୟ ୨୩୦ କିଲୋମିଟର୍ ଦୂରରେ ଅବସ୍ଥିତ ଓ ସମୁଦ୍ର ପତନରୁ ଏହାର ଉଚ୍ଚତା ପ୍ରାୟ ୨୫୦୦ ମିଟର୍ । ଖ୍ରୀ. ୫୦୭ (ଛୋଟ ପ୍ରତିମୂର୍ତ୍ତି) ଓ ଖ୍ରୀ.
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ଵାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଝାନସୀର ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ଵାଧୀନତା ସଂଗ୍ରାମର ଜଣେ ନାୟିକା । ସ୍ଵଦେଶ ଓ ସ୍ଵଜାତିକୁ ପରାଧୀନତାର ଶକ୍ତ ବନ୍ଧନରୁ ମୁକ୍ତ କରିବା ପାଇଁ ଯେଉଁ ନାରୀମାନେ ଆଗକୁ ମାଡି ଆସିଥିଲେ ସେମାନଙ୍କ ମଧ୍ୟରେ ଲକ୍ଷ୍ମୀବାଈ ଅଗ୍ରଗଣ୍ୟା। ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗ ଚାଳନା, ଅଶ୍ଵାରୋହଣ, ବିଭିନ୍ନ୍ ପ୍ରକାର ଶାରୀରିକ ବ୍ୟାୟମ,ଦୁର୍ଦ୍ଦାନ୍ତ ହସ୍ତୀ ମାନଙ୍କୁ ଆୟତ କରିବା ଆଦି ପୁରୁଷ ସୁଲଭ କଳାରେ ସେ ପାରଙ୍ଗମ ଥିଲେ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ଵଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ପ୍ରେମୀ ଦିୱାନା, ୨୦୧୮ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଅୟସକାନ୍ତ ମହାନ୍ତି । ଜେମ୍ସ ଶୁକ୍ଳା ଏହି କଥାଚିତ୍ରଟିର କାହାଣୀ ଓ ସଂଳାପ ରଚନା କରିଥିଲେ । ଆନନ୍ଦ କୁମାର ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।ରୁଦ୍ର ପାଣିଗ୍ରାହୀ, ସୋଲାଙ୍କି ଭୌମିକ, ଗୁଡ୍ଡୁ, ପ୍ରିତୀରାଜ ଶତପଥୀ, ପୃଥ୍ୱୀରାଜ ନାୟକ, ଆର୍.କେ., ନଳିନୀ, କୁନମୁନ, ଅଞ୍ଜନା ଦାସ, ମହେଶ ରାଓ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଉଦୟଗିରି ଓ ଖଣ୍ଡଗିରି ଗୁମ୍ଫା ଅଧା ପ୍ରକୃତିକ ଓ ଅଧା ମଣିଷଦ୍ୱାରା ତିଆରି ଯାହାର ଐତିହାସିକ, ପୁରାତନ ତତ୍ତ୍ଵ ଓ ଧାର୍ମିକ ଗୁରୁତ୍ତ୍ଵ ରହିଛି । ଏହା ଓଡ଼ିଶାର ଭୁବନେଶ୍ଵରଠାରେ ଅବସ୍ଥିତ । ଗୁମ୍ଫାଗୁଡିକ ଦୁଇଟି ପାହାଡ଼ ଉଦୟଗିରି ଓ ଖଣ୍ଡଗିରିରେ ରହିଛି ଯାହା ହାତୀଗୁମ୍ଫାର ଶିଳାଲେଖରେ କୁମାରୀ ପର୍ବତ ନାମରେ ମଧ୍ୟ ଜଣା ଓ ଏହି ଦୁଇ ପାହାଡ଼ ଉଭୟଙ୍କ ଆଡକୁ ମୁଁହାଇ ରାସ୍ତାର ଦୁଇ ପାଖରେ ଅଛନ୍ତି ।ଖଣ୍ଡଗିରିରେ ୧୫ଟି ଗୁମ୍ଫା ଥିବାବେଳେ ଉଦୟଗିରିରେ ୧୮ଟି ଗୁମ୍ଫା ରହିଛି । ହାତୀ ଗୁମ୍ଫା ନିକଟରେ ବାରଭୁଜା ଦେବୀଙ୍କର ଏକ ମନ୍ଦିର ଅଛି।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଭୁବନେଶ୍ଵର ଭୁବନେଶ୍ଵର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ଵର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ଵର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ଵାରା ବିଶେଷ ଆଦୃତ ହୋଇଅଛି ।ଭୁବନେଶ୍ବର ନାମଟି ଶିବଙ୍କ ଅନ୍ୟନାମ ତ୍ରିଭୁବନେଶ୍ବର ନାମରୁ ଆସିଅଛି । ଭୁବନେଶ୍ୱର ୩୦୦୦ ବର୍ଷ ଆଗରୁ ମହାମେଘ ବାହନ ଚେଦି ବଂଶଦ୍ଵାରା ଆରମ୍ଭ ହୋଇଥିଲା ଯେଉଁମାନଙ୍କ ରାଜଧାନୀ ବର୍ତ୍ତମାନର ଭୁବନେଶ୍ୱର ପାଖ ଶିଶୁପାଳଗଡ଼ରେ ଥିଲା । ଭୁବନେଶ୍ୱର ତୋଷାଳୀ, କଳିଙ୍ଗ ନଗରୀ, ନଗର କଳିଙ୍ଗ, ଏକାମ୍ର କାନନ, ଏକାମ୍ର କ୍ଷେତ୍ର ଏବଂ ମନ୍ଦିର ମାଳିନୀ ନଗରୀ ନାମରେ ପ୍ରସିଦ୍ଧ ।
ଦଶହରା ଓଡ଼ିଶାରେ ପାଳିତ ଏକ ଗଣପର୍ବ । ଓଡ଼ିଶା ଭଳି ବିଭିନ୍ନ ଭାରତୀୟ ରାଜ୍ୟରେ ଏହା ଦଶେରା, ନବରାତ୍ରି, ଦୁର୍ଗା ପୂଜା ନାମରେ ସମାନ ସମୟରେ ପାଳିତ । ଏହା ଆୟୁଧ ପୂଜା ବା ଅସ୍ତ୍ରପୂଜା ନାମରେ ଓଡ଼ିଶାରେ ଆଗରୁ ପାଳିତ ହେଉଥିଲା ଯାହା ପରେ ବଙ୍ଗରୁ ଆରମ୍ଭ ମାଟି ମୂର୍ତ୍ତି ନିର୍ମାଣ କରି ଦୁର୍ଗା ପୂଜା ଅଥବା ଉତ୍ତର ଭାରତରେ ପାଳିତ "ନବରାତ୍ରି" ସହିତ ପାଳିତ ହୋଇଆସୁଛି । ଦଶହରା ଅବସରରେ ଖଣ୍ଡା, ଢାଲ, ଲଙ୍ଗଳ ଲୁହା, କରଣୀ ଆଦି ବିଭିନ୍ନ ପାରମ୍ପାରିକ ଯନ୍ତ୍ର ଓ ଉପକରଣ ଆଦି ଏହି ଦିନ ପୂଜା କରାଯାଇଥାଏ । ଓଡ଼ିଶା ଏକ କୃଷିପ୍ରଧାନ ରାଜ୍ୟ ହୋଇଥିବାରୁ କୃଷିଭିତ୍ତିକ ଉପକରଣ ହଳ-ଲଙ୍ଗଳ, ଐତିହାସିକ ଯୁଦ୍ଧରେ ଅରି ପରାହତ ନିମନ୍ତେ ବ୍ୟବହାର ହୋଇଥିବାରୁ ଖଣ୍ଡା, ଢାଲ ଆଦି ଉପକରଣ ତଥା ନଥିକରଣରେ ମୁଖ୍ୟ ଭୂମିକା ନିଭାଇଥିବାରୁ କରଣୀ ଆଦି ଉପକରଣକୁ ଏହି ଦିନ ପୂଜା କରାଯାଇଥାଏ । ଏହା ଓଡ଼ିଶାର ବିଭିନ୍ନ ଜାତିର ଲୋକଙ୍କ କୌଳିକ ପେଷାର ଉପକରଣମାନଙ୍କ ପ୍ରତି ଅଙ୍ଗୀକାରବଦ୍ଧତାକୁ ଦର୍ଶାଇବା ନିମନ୍ତେ ପାଳିତ ହୋଇଥାଏ ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ଵ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ଵାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ଵର ବିଭିନ୍ନ ସ୍ଥାନରୁ ସ୍ଵେଚ୍ଛାସେବକ ମାନଙ୍କ ଅବଦାନଦ୍ଵାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ଵର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ବରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ଵାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ବାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ଵର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
କୋଲେଷ୍ଟ୍ରଲ୍ ହେଉଛି ଏକ ସ୍ନେହସାର ବା ମହମ ଜାତୀୟ ପଦାର୍ଥ । ଏହା ଜଳରେ ଅଦ୍ରବଣୀୟ । ଏହା ରକ୍ତରେ ମଧ୍ୟ ଦ୍ରବଣୀୟ ନୁହେଁ । କୋଲେଷ୍ଟ୍ରଲ୍ ପ୍ରୋଟିନ ସହ ମିଶି ଲିପୋପ୍ରୋଟିନ ତିଆରି କରେ । ଏହି ପ୍ରୋଟିନ କୋଲେଷ୍ଟ୍ରଲ ଚାରିପାଖରେ ଏକ ଆବରଣ ସୃଷ୍ଟି କରେ । ଯେତେବେଳେ କୋଲେଷ୍ଟ୍ରଲରେ ପ୍ରୋଟିନର ପରିମାଣ ଅଧିକ ହୁଏ, ଏହା ଯକୃତରେ ପ୍ରବେଶ କରି ଏକ ପ୍ରକାର ପିତ୍ତରସଯୁକ୍ତ ଅମ୍ଲ ତିଆରି କରେ । ଏହାକୁ ହାଇ-ଡେନ୍ସିଟି-ଲିପୋପ୍ରୋଟିନ ବା ଏଚ୍.ଡି.ଏଲ୍ କୁହାଯାଏ । ସାଧାରଣତଃ ଏହାକୁ ଉପକାରି କୋଲେଷ୍ଟ୍ରଲ ଭାବରେ ବିବେଚନା କରାଯାଏ । ଯେତେବେଳେ ଲିପୋପ୍ରୋଟିନରେ ପ୍ରୋଟିନର ପରିମାଣ କମ୍ ହୋଇ ସ୍ନେହସାରର ପରିମାଣ ଅଧିକ ହୋଇଥାଏ ଏହା ରକ୍ତରେ ଅଧିକ ଦୂର ଗତି କରିପାରିନଥାଏ । କୋଷରେ ଥିବା କେତେକ ସ୍ୱତନ୍ତ୍ର ଗ୍ରାହୀ ଅଙ୍ଗ ସହ ଏହା ବାନ୍ଧି ହୋଇ ଲୋ-ଡେନ୍ସିଟି-ଲିପୋପ୍ରୋଟିନ ବା ଏଲ୍.ଡି.ଏଲ୍ ଗଠନ କରେ । ସାଧାରଣତଃ ଏହା ଶରୀର ପାଇଁ କ୍ଷତିକାରକ ହୋଇଥିବାରୁ ଏହାକୁ ଅପକାରୀ କୋଲେଷ୍ଟ୍ରଲ ଭାବରେ ବିବେଚନା କରାଯାଇଥାଏ । ପ୍ରାୟ ୭୫ଭାଗ କୋଲେଷ୍ଟ୍ରଲ ଯକୃତରେ ସୃଷ୍ଟି ହୋଇଥାଏ । ଶରୀରର କ୍ଷୁଦ୍ରାନ୍ତ୍ର ମଧ୍ୟ କିଛି ପରିମାଣର କୋଲେଷ୍ଟ୍ରଲ ତିଆରି କରିବା ସହ ଏହାର ଶୋଷଣ କରିଥାଏ । ସାଧାରଣ ଖାଦ୍ୟ ପଦାର୍ଥଦ୍ୱାରା ମଧ୍ୟ ଶରୀରରେ ୩୦୦ରୁ ୫୦୦ ମିଲିଗ୍ରାମ କୋଲେଷ୍ଟ୍ରଲ ସୃଷ୍ଟି ହୋଇଥାଏ । ଏହି କୋଲେଷ୍ଟ୍ରଲ ସାଧାରଣତଃ ମାଂସ ଓ କ୍ଷୀର ଜାତୀୟ ଖାଦ୍ୟରୁ ଆସିଥାଏ । ଏପରିକି ଆମ ଖାଦ୍ୟ କୋଲେଷ୍ଟ୍ରଲ୍ ରହିତ ହେଲେ ମଧ୍ୟ ଶରୀରରେ ଶ୍ୱେତସାର, ପୁଷ୍ଟିସାର ଓ ସ୍ନେହସାରର ବିଘଟନ ଘଟି ଅଙ୍ଗାରକ ବା କାର୍ବନ ଉତ୍ପାଦିତ ହୋଇଥାଏ, ଯାହାକୁ ଯକୃତ କୋଲେଷ୍ଟ୍ରଲରେ ରୂପାନ୍ତରିତ କରିଥାଏ । ଜଣେ ମଣିଷ ସାରା ଜୀବନ ପାଇଁ କୋଲେଷ୍ଟ୍ରଲଯୁକ୍ତ ଖାଦ୍ୟ ଖାଇବା ବନ୍ଦ କରିଦେଲେ ମଧ୍ୟ ଶରୀରରେ କୋଲେଷ୍ଟ୍ରଲର ପରିମାଣ ହ୍ରାସ ପାଇ ନଥାଏ । ଏହା କିପରି ସମ୍ଭବ?
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ମିଳିତ ଜାତିସଂଘ ଗୋଟିଏ ଅନ୍ତଃ -ସରକାରୀ ଅନୁଷ୍ଠାନ ଯାହା ଅନ୍ତର୍ଜାତିକ ସହଯୋଗକୁ ବିକଶିତ କରିଥାଏ । ପୂର୍ବରୁ ନିଷ୍କ୍ରିୟ ଥିବା ଥିବା କେତେକ ରାଷ୍ଟ୍ରର ଗୋଷ୍ଠୀକୁ ପରିବର୍ତିତ ରୂପ ଦେଇ ୨୪ ଅକ୍ଟୋବର ୧୯୪୫ରେ ମିଳିତ ଜାତିସଂଘର ସଂସ୍ଥାପନା ହେଇଥିଲା । ଦ୍ଵିତୀୟ ମହାସମର ପରେ ଯେମିତି ସେପରି ନ ହୁଏ ସେତେବେଳେ ୫୧ଟି ସଦସ୍ୟ ରାଷ୍ଟ୍ରକୁ ନେଇ ଗଠନ ହେଇଥିବା ମିଳିତ ଜାତିସଂଘରେ ବର୍ତମାନ ସଦସ୍ୟ ସଂଖ୍ୟା ୧୯୩ । ମିଳିତ ଜାତିସଂଘର ମୁଖ୍ୟ କାର୍ଜ୍ୟାଳୟ ନିଉୟର୍କ ସହରର ମାନହାଟ୍ଟନଠାରେ ଅବସ୍ଥିତ । ଏହା ବ୍ୟତୀତ ଜେନେଭା , ନାଇରୋବି ,ଏବଂ ଭିଏନାରେ ମଧ୍ୟ ମୁଖ୍ୟ କାର୍ଜ୍ୟାଳୟ ସବୁ ରହିଛି ।ଏହି ସଂଗଠନ ସଦସ୍ୟ ରାଷ୍ଟ୍ର ସମୂହଙ୍କ ସ୍ଵେଚ୍ଛାକୃତ ଏବଂ ଆତ୍ମ ନିର୍ଧାରିତ ଅନୁଦାନଦ୍ଵାରା ପରିଚାଳିତ ହୁଏ । ଏହାର ମୂଳ ଲକ୍ଷ୍ୟ ହେଲା ଅନ୍ତର୍ଜାତିକ ଶାନ୍ତି ଓ ସୁରକ୍ଷା ବଜାୟ ରଖିବା , ମାନବିକ ଅଧିକାରର ଅଗ୍ରାଧିକାର , ସାମାଜିକ ଓ ଅର୍ଥନୈତିକ ସନ୍ତୁଳନ ରଖିବା , ପରିବେଶର ସୁରକ୍ଷା କରିବା ଓ ମରୁଡି ବା ପ୍ରକୃତିକ ଦୁର୍ବିପାକ ସମୟରେ ମାନବିକ ସାହାଯ୍ୟ ଯୋଗେଇଦେବା , ଓ ସାମରିକ ଦ୍ଵନ୍ଦର ସମାଧାନ କରିବା ।
ଉଦୟଗିରି ଓଡ଼ିଶାରେ ଥିବା ଏକ ବୌଦ୍ଧ ସ୍ତୂପ ଓ ବିହାରସମୂହର ସମାହାର । ଉଦୟଗିରି, ରତ୍ନଗିରି ଓ ଲଳିତଗିରି ପୁରାତନ ପୁଷ୍ପଗିରି ବିଶ୍ଵବିଦ୍ୟାଳୟର ଏକ ଅଂଶ । ପୁରାତନ ଅନୁଶାସନ ଅନୁସାରେ ଏହାର ଐତିହାସିକ ନାମ ମାଧବପୁର ମହାବିହାର ଥିଲା । ୧୯୫୮ରୁ କରାଯାଇଥିବା ଏ.ଏସ.ଆଇ.ର ଅନେକ ଖନନରୁ ନାନାଦି ପ୍ରମାଣ ସବୁ ମିଳିଅଛି । ୧୯୯୭ରୁ ୨୦୦୦ ଭିତରେ ଉଦୟଗିରିର ଏକ ୨ୟ ଭାଗ (ଉଦୟଗିରି-୨)ର ସନ୍ଧାନ ମିଳିଅଛି ଯେଉଁଥିରେ ଅନେକ ଗୁଡ଼ିଏ ସ୍ତୂପ ଓ ବିହାରର ଆକଳନ କରାଯାଇଅଛି ।
ପାରାସିଟାମଲ, ଅନ୍ୟ ନାମ ଆସେଟାମିନୋଫେନ ବା ଏପିଏପି, ଏକ ଔଷଧ ଯାହା ଯନ୍ତ୍ରଣା ଓ ଜ୍ୱର ନିମନ୍ତେ ଦିଆଯାଏ । ଏହା ସାମାନ୍ୟରୁ ମଧ୍ୟମ ଧରଣର ଯନ୍ତ୍ରଣାରେ ଦିଆଯାଏ । ପିଲାମାନେ ଜ୍ୱରରେ ଏହି ଔଷଧଦ୍ୱାରା କମ୍ ଉପକାର ପାଇବା ଜଣାଯାଏ । ଏହା ଅନ୍ୟ ଔଷଧ ସହ ମିଶ୍ରିତ ଭାବରେ ମଧ୍ୟ ଦିଆଯାଏ ଯେପରିକି ସର୍ଦ୍ଦି ଔଷଧରେ ଥାଏ । ଅପରେଶନ ପରେ ବା କର୍କଟ ରୋଗରେ ହେଉଥିବା କଷ୍ଟ ନିମନ୍ତେ ଏହା ସହିତ ଓପିଅଏଡ ଔଷଧ ମିଶେଇ ଦିଆଯାଏ । ଏହା ପାଟିରେ ଦିଆଯାଏ ବା ମଳଦ୍ୱାରରେ ଭର୍ତ୍ତି କରି ଦିଆଯାଏ: ଶିରାଭ୍ୟନ୍ତରରେ ମଧ୍ୟ ଦିଆଯାଏ । ଔଷଧ ପ୍ରଭାବ ୨ରୁ ୪ ଘଣ୍ଟା ରହେ ।ଉପଦେଶ ଅନୁଯାୟୀ ପାରାସେଟାମୋଲ ମାତ୍ରା ନେଲେ ନିରାପଦ ହୁଏ । ସାଂଘାତିକ ଚର୍ମ ରାସ କ୍ୱଚିତ ହୁଏ । ଅତ୍ୟଧିକ ମାତ୍ରାର ଔଷଧ ନେଲେ ଯକୃତ ଫେଲ୍ ହୋଇପାରେ । ଗର୍ଭାବସ୍ଥା ଓ ସ୍ତନ୍ୟପାନ ସମୟରେ ଏହା ନିରାପଦ ଜଣାଯାଏ । ଯକୃତ ରୋଗ ଥିଲେ ଏହା ଅଳ୍ପ ମାତ୍ରାରେ ଦିଆଯାଏ । ପାରାସେଟାମୋଲ ଏକ ସାମାନ୍ୟ ଯନ୍ତ୍ରଣାନିରୋଧୀ ଶ୍ରେଣୀର ଔଷଧ । ଏହା ଉଲ୍ଲେଖନୀୟ ପ୍ରଦାହନିବାରକ ନ ହୋଇ କିପରି କାମ କରେ ତାହା ସ୍ପଷ୍ଟରୂପେ ଜଣାଯାଇ ନାହିଁ ।ପାରାସିଟାମଲ ସନ ୧୮୭୭ ଖ୍ରୀଷ୍ଟାବ୍ଦରେ ଆବିଷ୍କୃତ ହୋଇଥିଲା । ୟରୋପ ଓ ଯୁକ୍ତରାଷ୍ଟ୍ର ଆମେରିକାରେ ଏହା ଯନ୍ତ୍ରଣା ଓ ଜ୍ୱର ନିମନ୍ତେ ଦିଆଯାଏ । ଏହାର ନାମ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଅତ୍ୟାବଶ୍ୟକୀୟ ଔଷଧ ଚିଠାରେ ଅଛି ଯାହା ମୌଳିକ ସ୍ୱାସ୍ଥ୍ୟ ସିସ୍ଟମ ନିମନ୍ତେ ଅତି ମହତ୍ତ୍ୱପୂର୍ଣ୍ଣ । ଏହା ଜେନେରିକ ଔଷଧ ନାମରେ ଉପଲବ୍ଧ ହେଲେ ମଧ୍ୟ ଟାଇଲେନଲ ଓ ପାନାଡୋଲ ଭଳି ଅନ୍ୟ ନାମରେ ମିଳେ । ଏକ ଡୋଜର ହୋଲସେଲ ମୂଲ୍ୟ ୦.୦୧ ଆମେରିକୀୟ ଡଲାର । ଯୁକ୍ତରାଷ୍ଟ୍ର ଆମେରିକାରେ ଏକ ଡୋଜର ମୂଲ୍ୟ ୦.୦୪ ଡଲାର ।
ଜ୍ଞାନପୀଠ ପୁରସ୍କାର ଭାରତୀୟ ଜ୍ଞାନପୀଠ ସଂସ୍ଥାଦ୍ଵାରା ଦିଆଯାଉଥିବା ଭାରତର ସର୍ବୋଚ୍ଚ ସାହିତ୍ୟ ପୁରସ୍କାର ।ସାହିତ୍ୟ ଅକାଦେମୀ ଫେଲୋସିପ ସହିତ ଏହା ଦେଶର ଦୁଇ ସର୍ବୋଚ୍ଚ ସାହିତ୍ୟ ପୁରସ୍କାର । ଏହା ୧୯୬୧ ମସିହାରେ ଆରମ୍ଭ ହୋଇଥିଲା । ଏହାର ଅନୁମୋଦିତ ଯୋଗ୍ୟତା ଅନୁସାରେ କେବଳ ୨୨ ଗୋଟି ସମ୍ବିଧାନ-ସ୍ୱୀକୃତ ଭାଷାରେ ଲେଖୁଥିବା ଭାରତୀୟ ନାଗରିକଗଣ ଏହି ପୁରସ୍କାର ପାଇପାରିବେ । ଟାଇମ୍ସ ଅଫ ଇଣ୍ଡିଆ ଖବରକାଗଜର ପ୍ରକାଶକ ସାହୁ ଜୈନ ପରିବାରଙ୍କଦ୍ୱାରା ପ୍ରତିଷ୍ଠିତ ଏହି ପୁରସ୍କାର ଭାରତୀୟ ଜ୍ଞାନପୀଠ ସଂସ୍ଥାଦ୍ୱାରା ଦିଆଯାଇଥାଏ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ବାମାପଦ ତ୍ରିପାଠୀ ଏବେ ସମାଜର ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ପଞ୍ଚଲିଙ୍ଗେଶ୍ଵର ଶିବ ମନ୍ଦିର ଓଡ଼ିଶାର ବାଲେଶ୍ଵର ଜିଲାର ନୀଳଗିରି ପାଖରେ ଥିବା ପଞ୍ଚଲିଙ୍ଗେଶ୍ଵରରେ ଅବସ୍ଥିତ । ଏହି ଲିଙ୍ଗଗୁଡ଼ିକର ଦର୍ଶନ କରିବା ପାଇଁ ଜଣକୁ ପାହାଡ଼଼ି ଚଟାଣ ଭିତରେ ବହିଯାଇଥିବା ଝରଣା ପାଣି ଦେଇ ହାତରେ ଛୁଇଁ ଜାଣିବାକୁ ପଡ଼ିବ । ଏଠାରେ ପାହାଡ଼଼ୀ ଝରଣା ଭିତରେ ପାଞ୍ଚୋଟି ଶିବଲିଙ୍ଗ ପୂଜାପାଉଛନ୍ତି ଯାହାଙ୍କ ନାମ ଅନୁସାରେ ଏହି ଜାଗାର ନାମ ପଞ୍ଚଲିଙ୍ଗେଶ୍ଵର ହୋଇଅଛି ।ବାଲେଶ୍ୱର ସମୁଦ୍ର ଉପକୂଳରେ ବଙ୍ଗୋପସାଗରର ବେଳାଭୂମିକୁ ସାମନ୍ତରାଳଭାବରେ କୁପାରୀ ଠାରୁ ନୀଳଗିରି ପର୍ଯ୍ୟନ୍ତ ପୂର୍ବଘାଟ ପର୍ବତମାଳା ଲମ୍ବିଆସିଛି । ୧୦୦୦ ଫୁଟ ଛୋଟ ଛୋଟ ପାହାଡ଼ "ଦେବଗିରି" ପର୍ବତମାଳାର ପଞ୍ଚେଲିଙ୍ଗେଶ୍ୱର ଏକ ଅଂଶ ବିଶେଷ । ଏହି ଶୈବପୀଠର ପାଦଦେଶରେ ଝରଣାଟିଏ ବହିଯାଇଛି । ଏହି ଜଳସ୍ରୋତ ମଧ୍ୟରେ ଅଦୃଶ୍ୟ ପାଞ୍ଚଗୋଟି ଲିଙ୍ଗ ହେଉଛନ୍ତି ପଞ୍ଚେଲିଙ୍ଗେଶ୍ୱର ପୀଠ । ଭକ୍ତମାନେ ଜଳସ୍ରୋତ ମଧ୍ୟରେ ପଞ୍ଚେଲିଙ୍ଗେଶ୍ୱରଙ୍କୁ ଦର୍ଶନ କରି ପୂଜାକରନ୍ତି । ପ୍ରସ୍ତର ଉପରେ ବସି ପୁଜକ ଶିବଲିଙ୍ଗ ପୂଜା କରିଥାନ୍ତି । ରାଜ୍ୟ ପର୍ଯ୍ୟଟନ ତରଫରୁ ଯାତ୍ରୀନିବାସର ଆନୁସାଙ୍ଗିକ ବ୍ୟବସ୍ଥା ମଧ୍ୟ ରହିଛି । ସରସ୍ୱତୀ ପୂଜା ସମୟରେ ପାଞ୍ଚ ଦିନ ବ୍ୟାପୀ ମେଳା ହୁଏ । ବହୁ ଲୋକ ଏଠାକୁ ଆସି ଦେବଦର୍ଶନ କରିଥାନ୍ତି ଓ ମନୋହାରୀ ଜିନିଷ କିଣିଥାନ୍ତି । ଦେବଗିରି ପର୍ବତର ଶିଖର ଦେଶରେ ମଣ୍ଡଳେଶ୍ୱରୀ ଦେବୀସ୍ଥାନ ରହିନ୍ତି । ଏହାଙ୍କୁ ବର୍ଷାଦେବୀ ମଧ୍ୟ କହାଯାଏ । ବର୍ଷା ନହେଲେ ଦେବୀଙ୍କୁ ପୂଜାକଲେ ବର୍ଷା ହୋଇଥାଏ ବୋଲି ଲୋକବିଶ୍ୱାସ ରହିଛି । ଦେବଗିରି ପର୍ବତମାଳା ପରିବେଷ୍ଟିତ ପର୍ବତର ଶୀର୍ଷଦେଶରୁ ମଙ୍ଗଳପୁର ପ୍ରାଚୀନ ପଥ ଓ ଦୁର୍ଗପର୍ଯ୍ୟନ୍ତ ଏକ ସୁଡ଼ଙ୍ଗ ରହିଛି । ଜନଶୃତି ଅଛି ଯେ ପଞ୍ଚଲିଙ୍ଗେଶ୍ୱର ପାହାଡ଼ର ପାଦଦେଶରୁ ଏହି ସୁଡଙ୍ଗ ରହିଛି ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
କୁମାର ପୂର୍ଣ୍ଣିମା ଓଡ଼ିଶାର ଏକ ବିଶେଷ ପର୍ବ । ଏହା କୁମାରୋତ୍ସବ ବା କୋଜାଗର ପୂର୍ଣ୍ଣିମା ନାମରେ ମଧ୍ୟ ଜଣାଶୁଣା । ଆଶ୍ୱିନ ମାସ ପୂର୍ଣ୍ଣିମା ତିଥିରେ ଏହି ପର୍ବଟି ପାଳିତ ହୁଏ । ଏହି ପୂର୍ଣ୍ଣିମା ଶରତ ଋତୁରେ ପଡ଼ୁଥିବାରୁ କେତେକ ସ୍ଥାନରେ ଏହାକୁ ଶରତ ପୂର୍ଣ୍ଣିମା ମଧ୍ୟ କୁହାଯାଏ । ଏହିଦିନ ଜଗନ୍ମାତା ମା’ ଲକ୍ଷ୍ମୀ ଦେବୀଙ୍କର ଆରାଧନା କରାଯାଉଥିବାରୁ ଏହାକୁ ଗଜଲକ୍ଷ୍ମୀ ପୂଜା ବା କୋଜାଗାର ଲକ୍ଷ୍ମୀ ପୂଜା ମଧ୍ୟ କୁହାଯାଏ । ଏହି ଦିନ ଓଡ଼ିଶାବାସୀ ତୁଳସୀ ଚଉରା, ଗଜଲକ୍ଷ୍ମୀ, ଚନ୍ଦ୍ର, ସୂର୍ଯ୍ୟ ଓ କାର୍ତ୍ତିକଙ୍କର ପୂଜା ଆରାଧନା କରି ନିଜର ସୁଖ, ସୌଭାଗ୍ୟ, ଯଶ, ଧନ ଓ ପୌରୁଷ କାମନା କରିଥାନ୍ତି । ଓଡ଼ିଶାରେ ଏହି ପର୍ବ ସାଧାରଣତଃ କୁମାରୀ କନ୍ୟାମାନେ କାର୍ତ୍ତିକେୟଙ୍କ ଭଳି ସୁନ୍ଦର ଜୀବନସାଥୀ ପାଇବା ପାଇଁ କରିଥାନ୍ତି । ତେବେ ମହାରାଷ୍ଟ୍ର, ପଶ୍ଚିମ ବଙ୍ଗ, ଗୁଜରାଟ ଭଳି ଭାରତର ଅନ୍ୟାନ୍ୟ ରାଜ୍ୟରେ ସ୍ତ୍ରୀ ପୁରୁଷ ନିର୍ବିଶେଷରେ ସମସ୍ତେ ଏହି ପର୍ବକୁ ପାଳନ କରିଥାନ୍ତି । ଏହି ଦିନ ଚନ୍ଦ୍ର ପୃଥିବୀର ନିକଟତମ ସ୍ଥିତିରେ ଥାଏ ଏବଂ ଚନ୍ଦ୍ର କିରଣ ମଣିଷର ସ୍ୱାସ୍ଥ୍ୟ ଓ ଚିନ୍ତାଧାରା ଉପରେ ସକରାତ୍ମକ ପ୍ରଭାବ ପକାଇଥାଏ ବୋଲି ବିଶ୍ୱାସ ରହିଛି । ତେଣୁ ଏହି ଦିନଟିକୁ ଭାରତର ବିଭିନ୍ନ ପ୍ରାନ୍ତରେ ଖୁବ୍ ଆଡ଼ମ୍ବର ସହକାରେ ପାଳନ କରାଯାଇଥାଏ ।
ଦେବକୁଣ୍ଡ (ଦେବାଦେବୀଙ୍କର ସ୍ନାନକୁଣ୍ଡ) ମୟୂରଭଞ୍ଜ ଜିଲ୍ଲାର ଶିମିଳିପାଳ ଉଦଳା ନିକଟସ୍ଥ ଥିବା ଏକ ପ୍ରାକୃତିକ ମନୋହର ସ୍ଥାନ । ଏଠାକାର ପ୍ରାକୃତିକ ସୌନ୍ଦର୍ଯ୍ୟ ଓ ଜଳପ୍ରପାତ ପାଇଁ ଏହା ଏକ ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ । ଏଠାକାସମୀବୃକ୍ଷର ଆକର୍ଷଣ ଅନନ୍ୟ । ବାରିପଦା ଠାରୁ ଦେବକୁଣ୍ଡର ଦୂରତା ୬୦ କି.ମି ଓ ବାଲେଶ୍ଵର ଠାରୁ ୮୫ କି.ମି । ଦେବକୁଣ୍ଡ ଶିମିଳିପାଳ ଅଭୟାରଣ୍ୟରେ ଅବସ୍ଥିତ । ଏହା ନିକଟକୁ ଯିବାକୁ ହେଲେ ଉଦଳାରୁ ବୃନ୍ଦାଗଡ଼ିଛକ-ବୃନ୍ଦାଗଡ଼ି ଛକରୁ ପଶ୍ଚିମକୁ ଗଲେ କୁଣ୍ଡାବାଇ ପଞ୍ଚାୟତ ନିକଟରେ ଏକ ଫରେଷ୍ଟ ଗେଟ୍ ରାସ୍ତା ଦେଇ ଦେବକୁଣ୍ଡକୁ ଯିବାକୁ ହୁଏ । ଦେବକୁଣ୍ଡ ନାମଟିର ବିଶେଷତ୍ୱ ଏହି ଯେ ବୋଧହୁଏ ସ୍ୱର୍ଗର ଦେବାଦେବୀମାନେ ମର୍ତ୍ତ୍ୟର ପ୍ରାକୃତିକ ସୌନ୍ଦର୍ଯ୍ୟରେ ବିମୋହିତ ହୋଇ ଓହ୍ଲାଇ ଆସନ୍ତି ଏହି ଦେବକୁଣ୍ଡକୁ । ସେଥିପାଇଁଏ ସ୍ଥାନଟିର ନାମ ଦେବକୁଣ୍ଡ ।
ବନମାଳୀ ଦାସ (୧୭୨୦-୧୭୯୩) ଜଣେ ଓଡ଼ିଆ ଭକ୍ତି କବି । "ଦୀନବନ୍ଧୁ ଦଇତାରୀ" , "କେତେ ଛନ୍ଦ ଜାଣେ ଲୋ ସହି" ଓ "ମଣିମା ହେ ଏତିକି ମାଗୁଣି ମୋର" ଆଦି ତାଙ୍କର କେତୋଟି ଜଣାଶୁଣା ରଚନା ଓ ଓଡ଼ିଶୀ ସଙ୍ଗୀତରେ ବ୍ୟବହୃତ । ତାଙ୍କ ଲୋକପ୍ରିୟ ଗୀତସବୁ ପର୍ବପର୍ବାଣୀ, ଜନସମାଗମ ସ୍ଥଳ ଓ ଓଡ଼ିଶୀ ସଙ୍ଗୀତରେ ବୋଲାଯାଇଥାଏ । ସେ ମଧ୍ୟଯୁଗୀୟ ଓଡ଼ିଆ ଭକ୍ତି-ସାହିତ୍ୟର ଆଦି କବି ଭାବେ ଜଣା । ପ୍ରାରମ୍ଭିକ ଭାବେ କେବଳ ପ୍ରେମ କାବ୍ୟ ରଚନା ଆରମ୍ଭ କରିଥିଲେ ମଧ୍ୟ ପରେ ତାଙ୍କ ରଚନାଗୁଡ଼ିକ ଅଧିକ ଲୋକାଦୃତି ଲାଭ କରିଥିଲା ଓ ସେ ନିଜ ସମକାଳୀନ କବିମାନଙ୍କ ମଧ୍ୟରେ ଜଣାଶୁଣା ଥିଲେ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ରବୀନ୍ଦ୍ରନାଥ ଠାକୁର ' ( /rəˈbindrəˈnɑ:t ˈtɑ:ɡɔr/; ଛାଞ୍ଚ:IPA-bn), (୧୮୬୧-୧୯୪୧) ଏକାଧାରରେ ଜଣେ କବି, ଚିତ୍ରଶିଳ୍ପୀ, ସଂଗୀତଜ୍ଞ, ଶିକ୍ଷାବିଦ୍, ଗାଳ୍ପିକ ଓ ଦାର୍ଶନିକ ଥିଲେ । ତାଙ୍କୁ ବଙ୍ଗଳା ଭାଷାର ସର୍ବଶ୍ରେଷ୍ଠ ସାହିତ୍ୟକ ବୋଲି ଧରାଯାଏ । ଭାରତୀୟ ଭାଷା ଅନୁସାରେ ତାଙ୍କ ନାମ ରବିଦ୍ରନାଥ ଠାକୁର ଥିଲା। ତାଙ୍କୁ "ବଙ୍ଗଳାର ପକ୍ଷୀ" ବୋଲି ଆଖ୍ୟା ଦିଆଯାଇଥିଲା।ଭାରତୀୟମାନଙ୍କ ମଧ୍ୟରେ ସେ ସର୍ବ ପ୍ରଥମେ ନୋବେଲ ପୁରସ୍କାର ଲାଭ କରିଥିଲେ । ଟାଗୋର ବହୁତ ଗଳ୍ପ, କବିତା, ଓ ନାଟକ ରଚନା କରିଥିଲେ ଓ ତା ସହ ବହୁତ ଗୀତ ଓ ସଙ୍ଗୀତ ଲେଖିଥିଲେ। ରବୀନ୍ଦ୍ରନାଥଙ୍କ ୫୨ଟି କାବ୍ୟଗ୍ରନ୍ଥ, ୩୮ଟି ନାଟକ,୧୩ଟି ଉପନ୍ୟାସ,୩୬ଟି ପ୍ରବନ୍ଧ,୯୬ କ୍ଷୁଦ୍ର ଗଳ୍ପ ଓ ୧୯୧୫ ସଙ୍ଗୀତ ପ୍ରକାଶିତ ହୋଇସାରିଛି । ରବୀନ୍ଦ୍ରନାଥଙ୍କ ରଚନା ବିଭିନ୍ନ ଭାଷାରେ ଅନୁବାଦିତ ହୋଇସାରିଛି। ଗୀତାଞ୍ଜଳିର ଲେଖକ ଓ ତାଙ୍କର ଗଭୀର ସମ୍ବେଦନଶୀଳ ,ତାଜା, ସୁମଧୁର କବିତା;୧୯୧୩ ମସିହାରେ ଗୀତାଞ୍ଜଳି କବିତାଗ୍ରନ୍ଥର ଇରାଜୀ ଅନୁବାଦ ପାଇଁ ସେ ନୋବେଲ ପୁରସ୍କାର ଲାଭ କରିଥିଲେ । ତାଙ୍କଦ୍ୱାରା ରଚିତ ସଂଗୀତ ୨ଟି ଦେଶ ନିଜନିଜ ଦେଶର ଜାତୀୟ ସଂଗୀତ ଭାବେ ବାଛି ନେଇଛନ୍ତି:ଭାରତ "ଜନ ଗଣ ମନ" ଓ ବାଂଲାଦେଶ "ଆମର୍ ସୋନାର ବଙ୍ଗଲା"। କିଛି ଉତତ୍ପନ ରାଷ୍ଟ୍ର ମଧ୍ୟଶ୍ରୀଲଙ୍କାର ଜାତୀୟ ସଂଗୀତ ଟାଗୋର ରଚନା କରିଥିଲେ,କିଛି ଲୋକ ତାଙ୍କ ରଚନା ଓ କାମଦ୍ୱାରା ଅନୁପ୍ରେରିତ ହୋଇଥିଲେ। ଗୋଟେ ପିରାଲୀ ବ୍ରାହ୍ମଣ କଲିକତାର ପୈତୃକ ସମ୍ଭ୍ରାନ୍ତ ଶ୍ରେଣୀର ଲୋକ ଜେସର ସହର ସହ ସମ୍ପର୍କ, ସେ ଯେତେବେଳେ ୮ବର୍ଷ ବୟସର ହେଇଥିଲେ ସେତେବେଳେ ସେ ଲେଖା ଆରମ୍ଭ କରିଥିଲେ . ଷୋହଳ ବର୍ଷ ବୟସ ରେ, ସେ ଉନ୍ମୋଚନ କରିଥିଲେ [[Bhānusiṃha Ṭhākurer Paḍāvalī|ତାଙ୍କର ମୂଲ୍ୟବାନ କବିତା ]କୁ ,ତାକୁ ନିଜ ଛଦ୍ମନାମରେ ବାହାର କରିଥିଲେ Bhānusiṃha ("Sun Lion"), ଯାହା ଲାଇବ୍ରେରୀରେ ସର୍ବୋଚ୍ଚ କ୍ଷମତା ଗ୍ରହଣ କରିଥିବା ବହୁଦିନରୁ ହଜିଯାଇଥିବା। ଅନୁବାଦରେ ତାଙ୍କ କବିତା ଅଧ୍ୟତ୍ମିକ ଓ ସୁଲଳିତ ଥିଲା ,କିନ୍ତୁ ତାଙ୍କର ରୁଚିପୂର୍ଣ ଗଳ୍ପ ଓ ସୁମଧୁର କବିତା ବହୁତ ସମୟ ପର୍ଯ୍ୟନ୍ତ ବଙ୍ଗଳା ବାହାରେ ଜଣା ନ ଥିଲା।୧୮୭୭ ମସିହାରେ ସେ ନିଜେ ଛୋଟ ଗଳ୍ପ ଓ ନାଟକ ନିଜ ନାମରେ ପ୍ରକାଶନ କରି ଥିଲେ। ସେ ଜଣେ ମାନବଵାଦୀ, ଭୌମିକତା, ଅନ୍ତରାଷ୍ଟ୍ରୀୟବେଦୀ ଥିଲେ। ସେ ବ୍ରିଟିଶ ଶାସନର ନିନ୍ଦା ଓ ଭାରତର ସ୍ଵଧୀନ ପାଇଁ ଓକିଲାତି କରୁ ଥିଲେ। ବଙ୍ଗଳା ପୁନଃଜାଗରଣ ର ପ୍ରତିବାଦକ ରୂପରେ ,ସେ ଚିତ୍ର, ଚିତ୍ରାଙ୍କନ ,୧୦୦ ବହି, କିଛି ୨୦୦୦ ସଂଖ୍ୟକ କବିତା,ଇଚ୍ଛାପତ୍ର ସାମିଲ ଥିଲା,ତାଙ୍କ ଦ୍ବାରା ସ୍ଥାପିତ ସ୍ଥାୟୀ ବିଶ୍ୱ ଭାରତୀୟ ବିଶ୍ୱବିଦ୍ୟାଳୟ।.
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଦେବୁ ବୋଷ (ଜନ୍ମନାମ: ରବୀନ୍ଦ୍ରନାଥ ବୋଷ) ଜଣେ ଓଡ଼ିଆ କଥାଚିତ୍ର ଜଗତ ଅଭିନେତା ଥିଲେ । ତପସ୍ୟା କଥାଚିତ୍ରରୁ, ସେ ଓଡ଼ିଆ ସିନେମାରେ ଅଭିନୟ କରିବା ଆରମ୍ଭ କରିଥିଲେ । ଅଭିନୟ ବ୍ୟତୀତ, ସେ ନୃତ୍ୟ କ୍ଷେତ୍ରରେ ମଧ୍ୟ ନିପୂଣ ଥିଲେ । ଗୁରୁ କେଳୁଚରଣ ମହାପାତ୍ରଙ୍କଠାରୁ ସେ ନୃତ୍ୟ ଶିକ୍ଷାଗ୍ରହଣ କରିଥିଲେ । ଦେବୁ ଓଡ଼ିଆ କଥାଚିତ୍ରର ନୃତ୍ୟ ନିର୍ଦ୍ଦେଶନା ମଧ୍ୟ ଦେଇଥିଲେ । ଚଳଚ୍ଚିତ୍ର ବ୍ୟତୀତ, ଦେବୁ ବୋଷ 'ଦିଗନ୍ତ' ନାମକ ନାଟ୍ୟ ଅନୁଷ୍ଠାନ ସହିତ ଜଡ଼ିତ ରହି ବହୁ ନାଟକରେ ଅଭିନେତା ଓ ନିର୍ଦ୍ଦେଶକ ମଧ୍ୟ ସାଜିଥିଲେ । ୨୦୧୮ ଅଗଷ୍ଟ ୨୨ତାରିଖରେ ହାଇଦ୍ରାବାଦଠାରେ ତାଙ୍କର ଦେହାନ୍ତ ହୋଇଥିଲା । ତାଙ୍କ ଅଭିନୀତ ଶେଷ ଚଳଚ୍ଚିତ୍ର ଆପନା ହାତ ଜଗନ୍ନାଥ ୨୦୧୫ ମସିହାରେ ମୁକ୍ତିଲାଭ କରିଥିଲା । ସେ ଓଡ଼ିଆ ଧାରାବାହିକ ସତ୍ୟ ଜରିଆରେ ଧାରାବାହିକରେ ଅଭିନୟ ଆରମ୍ଭ କରିଥିଲେ ଏବଂ ତାଙ୍କ ଅଭିନୀତ ଶେଷ ଧାରାବାହିକ ଥିଲା ତରଙ୍ଗ ଟିଭିରେ ପ୍ରସାରିତ ଧାରାବାହିକ ଦୁର୍ଗା । ଦେବୁ ବୋଷ ହିନ୍ଦୀ କଥାଚିତ୍ର ଆଶ୍ରମ ଓ ହିନ୍ଦୀ ଧାରାବାହିକ ବୋହୂରେ ଅଭିନୟ କରିଥିଲେ । ଶ୍ରମ ଅଧିକାରୀ ଭାବରେ ସେ ଚାକିରୀରେ ଯୋଗ ଦେଇଥିଲେ ଏବଂ ଶିଳ୍ପ ଉନ୍ନୟନ ନିଗମର ସାଧାରଣ ପ୍ରବନ୍ଧକ ଭାବରେ ଅବସର ନେଇଥିଲେ ।
ଶ୍ରୀ ଅରବିନ୍ଦ (ବଙ୍ଗାଳୀ - শ্রী অরবিন্দ - Sri Ôrobindo) ହେଉଛନ୍ତି ଏକାଧାରରେ ଜଣେ ଯୋଗୀ, ଗୁରୁ, କ୍ରାନ୍ତିକାରୀ, ସ୍ୱାଧୀନତା ସଂଗ୍ରାମୀ, ଦାର୍ଶନିକ ତଥା କବି । ସେ ୧୫ ଅଗଷ୍ଟ ୧୮୭୨ ମସିହାରେ ଇଂରେଜ ଶାସନାଧୀନ ଭାରତର କଲିକତା ନଗରରେ ଭୂମିଷ୍ଠ ହୋଇଥିଲେ । ମାନବ ଜାତିର ପୂର୍ଣାଙ୍ଗ ଅଭ୍ୟୁଦୟ ସମ୍ବନ୍ଧରେ ନିଜର ଦର୍ଶନ ବିକଶିତ ହେବା ଆଗରୁ ସେ ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଯୋଗଦାନ କରି ସେ ଜଣେ ମହାନ ନେତା ହିସାବରେ ପରିଚିତ ହୋଇ ଅଛନ୍ତି। ସେ ସଶସ୍ତ୍ର ସଂଗ୍ରାମରେ ବିଶ୍ୱାସୀ ଥିଲେ । ଶ୍ରୀ ଅରବିନ୍ଦଙ୍କ ଦର୍ଶନର ମୂଳ ତତ୍ୱ ହେଉଛି ସାଧାରଣ ମାନବ ଜୀବନକୁ ଦିବ୍ୟ ଜୀବନରେ ରୂପାନ୍ତରଣ କରିବା । ସେ କହିଛନ୍ତି, ‘ମଣିଷ ହେଉଛି ଏକ ବିକାଶୋନ୍ମୁଖୀ ସତ୍ତା। ସେ ପୂର୍ଣ ବିକଶିତ ନୁହେଁ। ମାନସରୁ ଅତିମାନସ ପର୍ଯ୍ୟନ୍ତ ବିକାଶ ହେଉଛି ବିଶ୍ୱ ଚେତନା ଉତ୍ତରଣର ପରବର୍ତୀ ମାଇଲ ଖୁଣ୍ଟ । ଆଉ ଏହା ଅତି ଆବଶ୍ୟକ କାରଣ ଏହା ହେଉଛି ଅନ୍ତରାତ୍ମାର ମୂଳ ଉଦ୍ଦେଶ୍ୟ ଓ ନୈସର୍ଗିକ ନିୟମ।’ ଏହିପରି ଭାବରେ ଶ୍ରୀ ଅରବିନ୍ଦ ‘ମୁକ୍ତି’କୁ ଏକ ଭିନ୍ନ ରୂପରେ ପ୍ରତି ପାଦନ କରିଛନ୍ତି, ଯାହା ବୈୟକ୍ତିକ ନୁହେଁ ବରଂ ସାମଗ୍ରିକ, ସମ୍ପୂର୍ଣ ମାନବ ସମାଜର ଉତ୍ତରଣରେ ବିଶ୍ୱାସୀ। ପ୍ରାଚ୍ୟ ଓ ପାଶ୍ଚାତ୍ୟ ଦର୍ଶନ, ଧର୍ମ, ସାହିତ୍ୟ ଓ ମନୋବିଜ୍ଞାନର ସମନ୍ୱୟ ଶ୍ରୀ ଅରବିନ୍ଦଙ୍କ ଲେଖାରେ ଦେଖିବାକୁ ମିଳେ। ଶ୍ରୀ ଅରବିନ୍ଦଙ୍କ କୃତି ଭିତରେ ଦର୍ଶନ, କାବ୍ୟ, ବେଦ, ଉପନିଷଦ ଏବଂ ଗୀତା ଆଦିର ଅନୁବାଦ ଓ ଟୀକା, ନାଟକ, ସାମାଜିକ, ରାଜନୈତିକ ଓ ଐତିହାସିକ ସମାଲୋଚନା, ଆଧ୍ୟାତ୍ମିକ ଲେଖା, ପତ୍ର ପତ୍ରିକା ଓ ପତ୍ରାବଳୀ ଆଦି ଅନ୍ତର୍ଭୁକ୍ତ। ତାଙ୍କର ସାହିତ୍ୟିକ ସୃଷ୍ଟି ଦର୍ଶନ, କାବ୍ୟ ଓ ନାଟକୀୟତାରେ ଏକ ମଧୁର ସମନ୍ୱୟରେ ସୁଗଠିତ ଯାହା କିଞ୍ଚିତ୍ ଜଟିଳ, ଓ ସହଜରେ ବୋଧଗମ୍ୟ ନୁହେଁ। ତାଙ୍କର କତିପୟ ରଚନା ବଳି ନିମ୍ନରେ ପ୍ରଦତ୍ତ ହେଲା। ଦ ଲାଇଫ ଡିଭାଇନ The Life Divine (1940), ଦ ହ୍ୟୁମାନ ସାଇକଲ The Human Cycle (1949), ଦ ଆଇଡିଆଲ ଅଫ ହ୍ୟୁମାନ ୟୁନିଟି The Ideal of Human Unity (1949), ଅନ ଦି ବେଦ On the Veda (1956), କଲେକ୍ଟେଡ ପଏମସ ଏଣ୍ଡ ପ୍ଲେଜCollected Poems and Plays (1942), ଏସେଜ ଅନ ଦି ଗୀତାEssays on the Gita (1928), ଦ ସିନ୍ଥେସିସ ଅନ ଯୋଗ The Synthesis of Yoga (1948), and ସାବିତ୍ରୀ : ଏ ଲିଜେଣ୍ଡ ଏଣ୍ଡ ଏ ସିମ୍ବଲ Savitri: A Legend and a Symbol (1950).
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ଵାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଭାରତର ସ୍ଵାଧୀନତା ସଂଗ୍ରାମ ଅନ୍ୟତମ ପ୍ରମୁଖ ଘଟଣା "ଲବଣ ସତ୍ୟାଗ୍ରହ " ୧୯୩୦ ମସିହା ମାର୍ଚ୍ଚ ୧୨ ତାରିଖରେ ଗୁଜରାଟ ରାଜ୍ୟର ସମୁଦ୍ର ତଟବର୍ତ୍ତୀ ଗ୍ରାମ ଦାଣ୍ଡୀକୁ ପଦଯାତ୍ରା ସହ ଆରମ୍ଭ ହେଇଥିଲା | ଏହା ପରାଧୀନ ଭାରତରେ ବ୍ରିଟିଶ୍ ସରକାରଙ୍କ ଲବଣ ବ୍ୟବସାୟରେ ଏକଚାଟିଆ ଆଧିପତ୍ୟ ଓ ଲବଣ ଉପରେ ଅତ୍ୟଧିକ ଟିକସ ବିପକ୍ଷରେ ଏକ ଶକ୍ତିଶାଳୀ ଅହିଂସାପୂର୍ଣ ଆନ୍ଦୋଳନ ଥିଲା |ମୋହନଦାସ କରମଚାନ୍ଦ ଗାନ୍ଧୀ (ମହାତ୍ମା ଗାନ୍ଧୀ) ଏହି ଆନ୍ଦୋଳନର ଆରମ୍ଭ କରି ମାର୍ଚ୍ଚ୧୨ ତାରିଖ ସକାଳ ୬:୩୦ରେ ୭୮ ଜଣ ଅନୁଗାମୀଙ୍କ ସହ ପ୍ରାୟ ୨୪୧ ମାଇଲ୍ (୩୯୦ କି.ମି.) ଦୂରରେ ଅବସ୍ଥିତ ଦାଣ୍ଡୀକୁ ଯାତ୍ରା ଆରମ୍ଭ କରିଥିଲେ | ୨୪ ଦିନ ଧରି ଚାଲିଥିବା ଏହି ପଦଯାତ୍ରାରେ କ୍ରମେ ସହସ୍ରାଧିକ ଦେଶବାସୀ ଗାନ୍ଧିଜୀଙ୍କ ସହ ଯୋଗ ଦେଇଥିଲେ |