ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ମାଳତୀ ଚୌଧୁରୀ ୨୬ ଜୁଲାଇ ୧୯୦୪ରେ ଏକ ବ୍ରାହ୍ମ ପରିବାରରେ ବାପା ବାରିଷ୍ଟର କୁମୁଦ ନାଥ ସେନ ଓ ମାଆ ସ୍ନେହଲତା ସେନଙ୍କ ଠାରୁ ଜନ୍ମ ନେଇଥିଲେ । ୨.୫ ବର୍ଷ ବୟସରେ ବାପାଙ୍କୁ ହରାଇ ସେ ମାଆଙ୍କ ଦେଇ ପରିପାଳିତ ହୋଇଥିଲେ । ବିଶ୍ଵକବି ରବିନ୍ଦ୍ରନାଥ ତାଙ୍କୁ ସ୍ନେହରେ ମିନୁ ଓ ଗାନ୍ଧୀଜୀ ତାଙ୍କୁ ତୁଫାନୀ ନାମରେ ଡାକୁଥିଲା ବେଳେ ସେ ଓଡ଼ିଶାବାସୀଙ୍କ ଆଦରଣୀୟ ନୂମା (ନୂଆ ମା) ଭାବେ ପରିଚିତ ଥିଲେ ।
ଅନ୍ନପୂର୍ଣ୍ଣା ମହାରଣା (୧୯୧୭-୨୦୧୨) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ ଥିଲେ । ସେ ୧୯୧୭ ମସିହା ନଭେମ୍ବର ୩ ତାରିଖରେ କଟକର ବାଖରାବାଦଠାରେ ଜନ୍ମଗ୍ରହଣ କରିଥିଲେ । ସ୍ଵାଧୀନତା ସଂଗ୍ରାମୀ ବାପା ଗୋପବନ୍ଧୁ ଚୌଧୁରୀ ଓ ମା' ରମାଦେବୀ ଚୌଧୁରୀଙ୍କ ସଂଗ୍ରାମମୟ ଜୀବନର ଛିଟାପଡିଥିଲା ତାଙ୍କ ଉପରେ । ତାଙ୍କର ଶ୍ରଦ୍ଧାନାମ ଥିଲା "ଚୁନୁ" । ତେଣୁ ପରବର୍ତ୍ତୀ ସମୟରେ ସେ "ଚୁନୁଅପା" ନାମରେ ବେଶୀ ପରିଚିତ ହେଲେ । ଗୋପବନ୍ଧୁଙ୍କ ସପରିବାର ଗାନ୍ଧୀ-ନୀତି ଗ୍ରହଣ କରିଥିବାରୁ, ଅନ୍ନପୂର୍ଣ୍ଣାଙ୍କ ଉପରେ ପିଲାଦିନରୁ ଏହାର ପ୍ରଭାବ ପଡ଼ିଥିଲା ଓ ଏହି ଆଦର୍ଶରେ ସେ ଆଜୀବନ ବଞ୍ଚିଥିଲେ । ଗୋପବନ୍ଧୁ ନିଜର ସନ୍ତାନଙ୍କୁ ସରକାରୀ ସ୍କୁଲରେ ପଢାଇବାକୁ ଇଚ୍ଛୁକ ନଥିବାରୁ, ଅନ୍ନପୂର୍ଣ୍ଣାଙ୍କ ଶିକ୍ଷା ଘର ମଧ୍ୟରେ ହୋଇଥିଲା ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ପଶ୍ଚିମ ଓଡ଼ିଶା ( ଇଂରାଜୀ : Western Odisha ) ଓଡ଼ିଶାର କଳାହାଣ୍ଡି ଜିଲ୍ଲାରୁ ଆରମ୍ଭ କରି ସୁନ୍ଦରଗଡ଼ ଜିଲ୍ଲା ପର୍ଯ୍ୟନ୍ତ ପରିବ୍ୟାପ୍ତ ଭୂଖଣ୍ଡକୁ ପଶ୍ଚିମ ଓଡ଼ିଶା କୁହା ଯାଏ । ଏହି ଅଞ୍ଚଳ ଭିତରେ ସମ୍ବଲପୁର ଜିଲ୍ଲା, ବଲାଙ୍ଗୀର , ବରଗଡ଼, ଦେବଗଡ଼ , ଝାରସୁଗୁଡା , କଳାହାଣ୍ଡି , ବୌଦ, ସୁନ୍ଦରଗଡ଼ ନୂଆପଡ଼ା ,ସୁବର୍ଣ୍ଣପୁର ଜିଲ୍ଲା ( ସୋନପୁର) ଜିଲ୍ଲା ସମୂହ ସହ ଅନୁଗୁଳ ଜିଲ୍ଲାର ଆଠମଲ୍ଲିକ ସବ ଡିଭିଜନ ଅନ୍ତର୍ଭୁକ୍ତ । ଏହାକୁ କୋଶଳ ଅଞ୍ଚଳ ବୋଲି କହାଯାଏ । ପଞ୍ଚମ ଶତାବ୍ଦୀ ପୂର୍ବରୁ ଏହି ଅଞ୍ଚଳ ଦକ୍ଷିଣ କୋଶଳ ନାମରେ ପରିଚିତ ଥିଲା ଏବଂ ଏହା ଏକ ବିଶାଳ ଭୌଗୋଳିକ ଅଞ୍ଚଳ ଥିଲା । ଏହା କୃଷିପ୍ରଧାନ ଅଞ୍ଚଳ ଭାବରେ ଏକ ସାଂସ୍କୃତିକ ସମନ୍ନ୍ୟୟ ପୂର୍ଣ ଅଞ୍ଚଳ ଥିଲା । ଏବେ କଳାହାଣ୍ଡି , କୋରାପୁଟ ଓ ବଲାଙ୍ଗିର ମରୁଡ଼ି ପ୍ରବଣ ଜିଲ୍ଲା ଭାବେ KBK ନାମରେ ଚିହ୍ନିତ ହେଇ ଅନେକ ବର୍ଷ ହେଲା କେନ୍ଦ୍ର ତଥା ରାଜ୍ୟ ସରକାରଙ୍କଦ୍ଵାରା ସ୍ଵତନ୍ତ୍ର ସାହାଯ୍ୟ ପ୍ରାପ୍ତ ହେଇଥିଲେ ମଧ୍ୟ ଖୁବ ଦରିଦ୍ର ଓ ଅନା ଟନ ଭିତରେ ଏହାର ଅଧିକାଂଶ ଅଧିବାସୀ ରହିଛନ୍ତି । ପୁଣି ପୁରା ପଶ୍ଚିମ ଓଡ଼ିଶାର ବିକାଶ ପାଇଁ ରାଜ୍ୟ ସରକାର ସ୍ଵତନ୍ତ୍ର 'ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ' ( WODC ) ଗଠନ କରିଛନ୍ତି ।
କନ୍କସନ (ଇଂରାଜୀ ଭାଷାରେ Concussion, ଅନ୍ୟ ନାମ mild traumatic brain injury/mTBI) ଏକ ପ୍ରକାର ମୁଣ୍ଡ ଆଘାତ (head injury) ଯାହା ମସ୍ତିଷ୍କର କାର୍ଯ୍ୟକୁ (brain function) ଅସ୍ଥାୟୀ ରୂପରେ ପ୍ରଭାବିତ କରିଥାଏ ।ମୁଣ୍ଡ ବିନ୍ଧା, ଚିନ୍ତନ, ସ୍ମରଣ ବା ଲୟ ରଖିବାରେ ସମସ୍ୟା, ଅଇ, ଝାପ୍ସା ଦୃଷ୍ଟି (blurry vision) ଓ ନିଦ୍ରା ବିଘ୍ନ ଓ ମନୋଦଶା ପରିବର୍ତ୍ତନ (mood changes) ଇତ୍ୟାଦି ଲକ୍ଷଣମାନ ଏହି ଅବସ୍ଥାରେ ଦେଖାଯାଏ । କେତେକ ଲକ୍ଷଣ ତୁତନ୍ତ ବାହାରେ ଓ ଆଉ କେତେକ ଆଘାତର କିଛି ଦିନ ପରେ ବାହାରେ । କ୍ରୀଡ଼ା ସମ୍ପର୍କିତ କନ୍କସନ ହୋଇଥିବା ପିଲାଙ୍କ ମଧ୍ୟରୁ ୧୦% ଚେତା ହରେଇଥାଆନ୍ତି (loss of consciousness) । କେତେକ ସ୍ଥଳରେ ଏହା ୪ ସପ୍ତାହ ପର୍ଯ୍ୟନ୍ତ ରହିପାରେ ।ସାଧାରଣତଃ ଗାଡ଼ି ଧକ୍କା (Motor vehicle collisions), ଦୁର୍ଘଟଣା ପତନ falls, କ୍ରୀଡ଼ା ଆଘାତ sports injuries, ସାଇକେଲ ଦୁର୍ଘଟଣା (bicycle accidents) ଇତ୍ୟାଦି କାରଣରୁ ଏହି ଆଘାତ ହୁଏ । ମଦ୍ୟ ପାନ କଲେ ଏହି ଆଘାତ ହେବାର ସଙ୍କଟ ବଢ଼ିଯାଏ । ମୁଣ୍ଡ ଉପରେ ପ୍ରତ୍ୟକ୍ଷ ଆଘାତ ହେଲେ ବା ଦେହର ଅନ୍ୟ ଅଂଶର ଆଘାତ ସଞ୍ଚାରିତ ହେଲେ ମଧ୍ୟ କନ୍କସନ ହୋଇପାରେ । ନିଉରନମାନଙ୍କର ବେଠିକ କାର୍ଯ୍ୟଧାରା ଫଳରେ ଗ୍ଲୁକୋଜ ଆବଶ୍ୟକତା ବଢ଼ିଯାଏ କିନ୍ତୁ ରକ୍ତ ସରବରାହ କମିଯାଏ, ଫଳରେ ଏହି ଅବସ୍ଥା ଉପୁଜେ । ଏହି ରୋଗ ନିର୍ଣ୍ଣୟ ନିମନ୍ତେ ୩୦ ମିନିଟରୁ କମ୍ ଚେତା ଶୂନ୍ୟ ରହିବା, ୨୪ ଘଣ୍ଟାରୁ କମ ସ୍ମରଣ ଶକ୍ତି ହ୍ରାସ ଓ ଗ୍ଲାସଗୋ କୋମା ସ୍କେଲ (Glasgo come scale) ସ୍କୋର ୧୩ରୁ ୧୫ ଥିବା ଆବଶ୍ୟକ । ଏହା ଠାରୁ ଅଧିକ ହେଲେ ମଧ୍ୟମ ବା ସାଂଘାତିକ ଆଘାତ ଜନିତ ମସ୍ତିଷ୍କ ଚୋଟ ନିର୍ଣ୍ଣୟ କରାଯାଏ (traumatic brain injury) ।ସାଇକେଲ ବା ମୋଟର ସାଇକେଲରେ ଗଲାବେଳେ ସର୍ବଦା ହେଲମେଟ (helmet) ବ୍ୟବହାର କଲେ ପ୍ରତିଷେଧ ହୋଇପାରିବ । ଦିନେ ଦୁଇ ଦିନ ବିଶ୍ରମ ନେବାପରେ ନିଜ କାମ କରିହୁଏ । ଅଧିକ ଦିନ ବିଶ୍ରାମ ନେଲେ ଅଧିକ ଖରାପ ହୁଏ । ପାରାସେଟାମୋଲ ଓ ଏନଏସଏଆଇଡି (NSAIDs) ଆଦି ଔଷଧ ଯନ୍ତ୍ରଣା ନିମନ୍ତେ ଦିଆଯାଏ । ଶରୀର ନିୟନ୍ତ୍ରଣ ଅସୁବିଧା ହେଲେ ଫିଜିଓଥେରାପି (Physiotherapy) ଓ ମନୋଦଶା ଖରାପ ଥିଲେ କଗନିଟିଭ ବିହେଭିଅରାଲ ଥେରାପି (cognitive behavioral therapy) ଦିଆଯାଇପାରେ । ହାଇପରବାରିକ ଅମ୍ଳଜାନ ଥେରାପି (hyperbaric oxygen therapy) ଓ ଚିରୋପ୍ରାକ୍ଟିକ (chiropractic therapy) ଥେରାପିର ଉପକାରୀତା ପ୍ରମାଣ ମିଳୁନି । ପ୍ରତି ବର୍ଷ ପ୍ରାୟ ୧୦୦୦ ଲୋକରେ ୬ ଜଣ ଏହି ରୋଗରେ ଆକ୍ରାନ୍ତ ହୁଅନ୍ତି । ଆଘାତ ଜନିତ ମସ୍ତିଷ୍କ ଚୋଟ ମଧ୍ୟରୁ ଏହା ଅତି ସାଧାରଣ ରୋଗ । ପୁରୁଷ ଓ ଯୁବା ବୟସର ଲୋକମାନେ ଅଧିକ ଶିକାର ହୁଅନ୍ତି । କନ୍କସନ ରୋଗର ଫଳାଫଳ ସାଧାରଣତଃ ଉତ୍ତମ ରହେ । ଗୋଟିଏ କନ୍କସନ ପୂର୍ବରୁ ଅନ୍ୟ ଏକ କନ୍କସନ ହୋଇ ଭଲ ହୋଇଯାଇଥିଲେ ସଦ୍ୟ କନ୍କସନର ଫଳ ନୈରାଶ୍ୟ ଜନକ ହୁଏ । ବାରମ୍ବାର କନ୍କସନ ହେଲେ ପରବର୍ତ୍ତୀ ଜୀବନରେ କ୍ରନିକ ଟ୍ରମାଟିକ ଏନସେଫାଲୋପାଥି (chronic traumatic encephalopathy), ପାର୍କିନ୍ସନ୍ ରୋଗ ବା ଅବସାଦ (depression) ରୋଗ ସଙ୍କଟ ବୃଦ୍ଧି ପାଏ ।
ବଲାଙ୍ଗୀର ଜିଲ୍ଲାର ପାଟଣାଗଡ ଉପଖଣ୍ଡ ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ପର୍ବତର ପାଦଦେଶରେ ଥିବା ହରିଶଙ୍କର ଉଭୟ ଶୈବପୀଠ ଓ ପ୍ରାକୃତିକ ସୌନ୍ଦର୍ଯ୍ୟ ପାଇଁ ପ୍ରସିଦ୍ଧ । ଏହାର ଦୂରତା ସଦର ମହକୁମାରୁ ପ୍ରାୟ ୮୦ କି.ମି ହେବ । ଗନ୍ଧମାର୍ଦ୍ଦନ ପର୍ବତର ଉତ୍ତରାଞ୍ଚଳରେ ବରଗଡ଼ ଜିଲ୍ଲାର ପ୍ରସିଦ୍ଧ ନୃସିଂହନାଥ ମନ୍ଦିର ଥିବାବେଳେ ଦକ୍ଷିଣରେ ରହିଛି ହରିଶଙ୍କର । ଏହି ପୀଠରେ ହରି ଓ ଶଙ୍କର ଏକାଠି ପୂଜା ପାଉଥିବାରୁ ଏହି ପୀଠର ସ୍ଵତନ୍ତ୍ରତା ରହିଛି । ହରିଶଙ୍କର ମନ୍ଦିର ଏବଂ ନୃସିଂହନାଥ ମନ୍ଦିର ମଧ୍ୟରେ ଅବସ୍ଥିତ ମାଳଭୂମିରେ ବୌଦ୍ଧ ଧର୍ମାଲମ୍ବୀଙ୍କଦ୍ୱାରା ନିର୍ମାଣ କରାଯାଇଥିବା ଧ୍ୱସ୍ତବିଧ୍ୱସ୍ତ ଏକ ପ୍ରାଚୀନ ପରିମଳଗିରି ବିଶ୍ୱବିଦ୍ୟାଳୟ ରହିଛି ।
ଭାରତୀୟ ଦଣ୍ଡ ସଂହିତାର ଧାରା ୪୯୭ରେ ବ୍ୟଭିଚାରର ପରିଭାଷା ତଥା ବ୍ୟଭିଚାର ନିମନ୍ତେ ଦଣ୍ଡ ବିଷୟରେ ଉଲ୍ଲେଖ ରହିଅଛି । ଏହି ପରିଭାଷା ଅନୁସାରେ ଜଣେ ପୁରୁଷ ଯଦି ଅନ୍ୟ ସ୍ତ୍ରୀସହ, ଯାହାକୁ ସେ ଅନ୍ୟର ବିବାହିତ ସ୍ତ୍ରୀ ବୋଲି ଜାଣେ, ଉକ୍ତ ପୁରୁଷର ସହମତି ବିନା ସେହି ସ୍ତ୍ରୀର ସହମତିରେ ଯୌନ ସମ୍ଭୋଗ କରେ ତାହା ଆଇନଗତ ଭାବେ ବ୍ୟଭିଚାର ଅପରାଧର ଅନ୍ତର୍ଭୁକ୍ତ ଅଟେ । ବ୍ୟଭିଚାର ଅଭିଯୁକ୍ତ ପୁରୁଷ ପାଇଁ ଦଣ୍ଡର ପ୍ରାବଧାନ ଥିଲେ ବି ବ୍ୟଭିଚାରୀ ସ୍ତ୍ରୀ ପାଇଁ ଦଣ୍ଡର ବ୍ୟବସ୍ଥା ଭାରତୀୟ ଆଇନରେ ନାହିଁ । ତେବେ ହିନ୍ଦୁ ବିବାହ ଅଧିନିୟମ, ୧୯୫୫ର ପ୍ରବଧାନ ଅନୁସାରେ ବ୍ୟଭିଚାର ଭଳି ଅପରାଧରେ ଲିପ୍ତ ଥିବା କାରଣରୁ ପତି କିମ୍ବା ପତ୍ନୀ ନିଜର ଜୀବନ ସାଥୀ ବିରୁଦ୍ଧରେ ବିବାହ ବିଚ୍ଛେଦ ପାଇଁ ମକଦ୍ଦମା କରିପାରିବେ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଦୂତୀ ବାହନ ଓଷା (ଦୁତିଆ ଓଷା, ଦୂତୀଆ ଓଷା, ପୁଅ ଜିଉଁତିଆ ଓଷା, ଦୁତିବାମନ ଓଷା ବା ଜୀମୂତବାହନ ଉପବାସ ନାମରେ ମଧ୍ୟ ଜଣା) ଓଡ଼ିଶାରେ ପାଳିତ ଏକ ଓଷା । ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଏହା ଭିନ୍ନ ଭିନ୍ନ ନାମରେ ଜଣାଶୁଣା । ଓଡ଼ିଶାର ପଶ୍ଚିମାଞ୍ଚଳରେ ଏହା "ପୁଅ ଜିଉଁତିଆ" ନାମରେ ଏକ ମୁଖ୍ୟ ଓଷା ଭାବେ ପାଳିତ ହେଉଥିବା ବେଳେ ବାକି କେତେକ ସ୍ଥାନରେ "ଦୁତିଆ/ଦୂତୀଆ" ବା "ଦୂତୀ ବାହନ ଓଷା" ନାମରେ ପାଳିତ । ଜନନୀମାନେ ପୁଅର ଦୀର୍ଘ ଜୀବନ କାମନା କରି ଏବଂ ବିବାହିତା ନାରୀ, ବନ୍ଧ୍ୟା ଓ ପୁତ୍ରହରା ନାରୀମାନେ ପୁତ୍ରଲାଭ କରିବା ଆଶାରେ ଏହି ନିର୍ଜଳା ଉପବାସ କରି ଓଷା ପାଳନ କରିଥାନ୍ତି । ଏହା ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ପାଳିଯତ ହୋଇଥାଏ । ଏହି ଦିନ ମା'ମାନେ ସାରାଦିନ ଜଳସ୍ପର୍ଶ ନ କରି ଉପବାସ କରିଥାନ୍ତି । କେତେକ ସ୍ଥାନରେ ଭାଇମାନଙ୍କର ଶୁଭମନାସୀ ଭଉଣୀମାନେ ଏ ପ୍ରକାର ଓଷା କରୁଥିବାର ଦୃଷ୍ଟାନ୍ତ ରହିଛି ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ବାମାପଦ ତ୍ରିପାଠୀ ଏବେ ସମାଜର ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ବ୍ରହ୍ମେଶ୍ୱର ମନ୍ଦିର, ଭାରତୀୟ ରାଜ୍ୟ ଓଡ଼ିଶାର ରାଜଧାନୀ ସହର ଭୁବନେଶ୍ୱରଠାରେ ରହିଥିବା ଏକ ୯ ମ ଶତାବ୍ଦୀ ଶେଷାର୍ଦ୍ଧରେ ନିର୍ମିତ ଶିବ ମନ୍ଦିର । ଏହି ମନ୍ଦିର ଅଭ୍ୟନ୍ତରରେ ସୁନ୍ଦର ପ୍ରସ୍ତର ଖୋଦିତ ବିରଳ କଳା ଦେଖିବାକୁ ମିଳେ । ମନ୍ଦିରରେ ଖୋଦିତ ହେଇଥିବା ଶିଳାଲେଖଦ୍ଵାରା ଏହି ମନ୍ଦିରର ନିର୍ମାଣ କାଳ ବିଷୟରେ ସଠିକ ସୂଚନା ମିଳୁଥିଲା । ତେବେ ବର୍ତ୍ତମାନ ତାହା ଅବଲୁପ୍ତ ଅବସ୍ଥାରେ ରହିଛି । ତେବେ ୧୦୫୮ ମସିହାର ଲେଖାକୁ ସଂରକ୍ଷିତ ଭାବରେ ରଖା ଯାଇଛି । ସେହି ଲେଖାନୁସାରେ ସୋମବଂଶୀ ରାଜା ଉଦ୍ୟୋତକେଶରୀଙ୍କ ଶାସନର ୧୮ ତମ ବର୍ଷରେ ତାଙ୍କ ମାତା କୋଳାବତୀ ଦେବୀଙ୍କଦ୍ଵାରା ଏହା ନିର୍ମିତ ହେଇଥିବାର ଜଣା ଯାଇଥାଏ , ଯାହା ୧୦୫୮ ମସିହା ଥିଲା ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ପଞ୍ଚଲିଙ୍ଗେଶ୍ଵର ଶିବ ମନ୍ଦିର ଓଡ଼ିଶାର ବାଲେଶ୍ଵର ଜିଲାର ନୀଳଗିରି ପାଖରେ ଥିବା ପଞ୍ଚଲିଙ୍ଗେଶ୍ଵରରେ ଅବସ୍ଥିତ । ଏହି ଲିଙ୍ଗଗୁଡ଼ିକର ଦର୍ଶନ କରିବା ପାଇଁ ଜଣକୁ ପାହାଡ଼଼ି ଚଟାଣ ଭିତରେ ବହିଯାଇଥିବା ଝରଣା ପାଣି ଦେଇ ହାତରେ ଛୁଇଁ ଜାଣିବାକୁ ପଡ଼ିବ । ଏଠାରେ ପାହାଡ଼଼ୀ ଝରଣା ଭିତରେ ପାଞ୍ଚୋଟି ଶିବଲିଙ୍ଗ ପୂଜାପାଉଛନ୍ତି ଯାହାଙ୍କ ନାମ ଅନୁସାରେ ଏହି ଜାଗାର ନାମ ପଞ୍ଚଲିଙ୍ଗେଶ୍ଵର ହୋଇଅଛି ।ବାଲେଶ୍ୱର ସମୁଦ୍ର ଉପକୂଳରେ ବଙ୍ଗୋପସାଗରର ବେଳାଭୂମିକୁ ସାମନ୍ତରାଳଭାବରେ କୁପାରୀ ଠାରୁ ନୀଳଗିରି ପର୍ଯ୍ୟନ୍ତ ପୂର୍ବଘାଟ ପର୍ବତମାଳା ଲମ୍ବିଆସିଛି । ୧୦୦୦ ଫୁଟ ଛୋଟ ଛୋଟ ପାହାଡ଼ "ଦେବଗିରି" ପର୍ବତମାଳାର ପଞ୍ଚେଲିଙ୍ଗେଶ୍ୱର ଏକ ଅଂଶ ବିଶେଷ । ଏହି ଶୈବପୀଠର ପାଦଦେଶରେ ଝରଣାଟିଏ ବହିଯାଇଛି । ଏହି ଜଳସ୍ରୋତ ମଧ୍ୟରେ ଅଦୃଶ୍ୟ ପାଞ୍ଚଗୋଟି ଲିଙ୍ଗ ହେଉଛନ୍ତି ପଞ୍ଚେଲିଙ୍ଗେଶ୍ୱର ପୀଠ । ଭକ୍ତମାନେ ଜଳସ୍ରୋତ ମଧ୍ୟରେ ପଞ୍ଚେଲିଙ୍ଗେଶ୍ୱରଙ୍କୁ ଦର୍ଶନ କରି ପୂଜାକରନ୍ତି । ପ୍ରସ୍ତର ଉପରେ ବସି ପୁଜକ ଶିବଲିଙ୍ଗ ପୂଜା କରିଥାନ୍ତି । ରାଜ୍ୟ ପର୍ଯ୍ୟଟନ ତରଫରୁ ଯାତ୍ରୀନିବାସର ଆନୁସାଙ୍ଗିକ ବ୍ୟବସ୍ଥା ମଧ୍ୟ ରହିଛି । ସରସ୍ୱତୀ ପୂଜା ସମୟରେ ପାଞ୍ଚ ଦିନ ବ୍ୟାପୀ ମେଳା ହୁଏ । ବହୁ ଲୋକ ଏଠାକୁ ଆସି ଦେବଦର୍ଶନ କରିଥାନ୍ତି ଓ ମନୋହାରୀ ଜିନିଷ କିଣିଥାନ୍ତି । ଦେବଗିରି ପର୍ବତର ଶିଖର ଦେଶରେ ମଣ୍ଡଳେଶ୍ୱରୀ ଦେବୀସ୍ଥାନ ରହିନ୍ତି । ଏହାଙ୍କୁ ବର୍ଷାଦେବୀ ମଧ୍ୟ କହାଯାଏ । ବର୍ଷା ନହେଲେ ଦେବୀଙ୍କୁ ପୂଜାକଲେ ବର୍ଷା ହୋଇଥାଏ ବୋଲି ଲୋକବିଶ୍ୱାସ ରହିଛି । ଦେବଗିରି ପର୍ବତମାଳା ପରିବେଷ୍ଟିତ ପର୍ବତର ଶୀର୍ଷଦେଶରୁ ମଙ୍ଗଳପୁର ପ୍ରାଚୀନ ପଥ ଓ ଦୁର୍ଗପର୍ଯ୍ୟନ୍ତ ଏକ ସୁଡ଼ଙ୍ଗ ରହିଛି । ଜନଶୃତି ଅଛି ଯେ ପଞ୍ଚଲିଙ୍ଗେଶ୍ୱର ପାହାଡ଼ର ପାଦଦେଶରୁ ଏହି ସୁଡଙ୍ଗ ରହିଛି ।
ବାଲୁଙ୍କେଶ୍ୱର ମନ୍ଦିର ଓଡ଼ିଶାର ଯାଜପୁର ଜିଲ୍ଲାର ଥିବା କଷବା-ଷାଠିବାଟିରେ ଅବସ୍ଥିତ ଏକ ପୁରାତନ ଶିବ ମନ୍ଦିର । ଏଠାରେ ବାଲୁଙ୍କେଶ୍ୱର ପୂଜା ପାଇଥାନ୍ତି । ଆଗରୁ କଷବା ଓ ଷାଠିବାଟିରେ ବହୁଥିବା ଜୁଣେଇ ନଦୀର ଶୁଖିଲା ଶଯ୍ୟାରେ ଏହି ମନ୍ଦିରଟି ସ୍ଥାପନ ହୋଇଥିଲା । ଏହା ଏକାଦଶ ଶତାବ୍ଦୀରେ ସ୍ଥାପିତ ହୋଇଥିଲା । ଯାଜପୁରର କଇଆଁଗୋଲା ରାସ୍ତାର ମଙ୍ଗଳପୁରଠାରୁ ବଡକୁଆଁଲ ରାସ୍ତାରେ ୧.୫ କି.ମି.ଗଲେ ଥାଲକୁଡ଼ି ପଞ୍ଚାୟତର କଷବା ଏବଂ ପାଲଟପୁର ପଞ୍ଚାୟତର ଷାଠିବାଟିରେ ବାଲୁଙ୍କେଶ୍ୱର ମନ୍ଦିର ରହିଛି ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
କୁମାର ପୂର୍ଣ୍ଣିମା ଓଡ଼ିଶାର ଏକ ବିଶେଷ ପର୍ବ । ଏହା କୁମାରୋତ୍ସବ ବା କୋଜାଗର ପୂର୍ଣ୍ଣିମା ନାମରେ ମଧ୍ୟ ଜଣାଶୁଣା । ଆଶ୍ୱିନ ମାସ ପୂର୍ଣ୍ଣିମା ତିଥିରେ ଏହି ପର୍ବଟି ପାଳିତ ହୁଏ । ଏହି ପୂର୍ଣ୍ଣିମା ଶରତ ଋତୁରେ ପଡ଼ୁଥିବାରୁ କେତେକ ସ୍ଥାନରେ ଏହାକୁ ଶରତ ପୂର୍ଣ୍ଣିମା ମଧ୍ୟ କୁହାଯାଏ । ଏହିଦିନ ଜଗନ୍ମାତା ମା’ ଲକ୍ଷ୍ମୀ ଦେବୀଙ୍କର ଆରାଧନା କରାଯାଉଥିବାରୁ ଏହାକୁ ଗଜଲକ୍ଷ୍ମୀ ପୂଜା ବା କୋଜାଗାର ଲକ୍ଷ୍ମୀ ପୂଜା ମଧ୍ୟ କୁହାଯାଏ । ଏହି ଦିନ ଓଡ଼ିଶାବାସୀ ତୁଳସୀ ଚଉରା, ଗଜଲକ୍ଷ୍ମୀ, ଚନ୍ଦ୍ର, ସୂର୍ଯ୍ୟ ଓ କାର୍ତ୍ତିକଙ୍କର ପୂଜା ଆରାଧନା କରି ନିଜର ସୁଖ, ସୌଭାଗ୍ୟ, ଯଶ, ଧନ ଓ ପୌରୁଷ କାମନା କରିଥାନ୍ତି । ଓଡ଼ିଶାରେ ଏହି ପର୍ବ ସାଧାରଣତଃ କୁମାରୀ କନ୍ୟାମାନେ କାର୍ତ୍ତିକେୟଙ୍କ ଭଳି ସୁନ୍ଦର ଜୀବନସାଥୀ ପାଇବା ପାଇଁ କରିଥାନ୍ତି । ତେବେ ମହାରାଷ୍ଟ୍ର, ପଶ୍ଚିମ ବଙ୍ଗ, ଗୁଜରାଟ ଭଳି ଭାରତର ଅନ୍ୟାନ୍ୟ ରାଜ୍ୟରେ ସ୍ତ୍ରୀ ପୁରୁଷ ନିର୍ବିଶେଷରେ ସମସ୍ତେ ଏହି ପର୍ବକୁ ପାଳନ କରିଥାନ୍ତି । ଏହି ଦିନ ଚନ୍ଦ୍ର ପୃଥିବୀର ନିକଟତମ ସ୍ଥିତିରେ ଥାଏ ଏବଂ ଚନ୍ଦ୍ର କିରଣ ମଣିଷର ସ୍ୱାସ୍ଥ୍ୟ ଓ ଚିନ୍ତାଧାରା ଉପରେ ସକରାତ୍ମକ ପ୍ରଭାବ ପକାଇଥାଏ ବୋଲି ବିଶ୍ୱାସ ରହିଛି । ତେଣୁ ଏହି ଦିନଟିକୁ ଭାରତର ବିଭିନ୍ନ ପ୍ରାନ୍ତରେ ଖୁବ୍ ଆଡ଼ମ୍ବର ସହକାରେ ପାଳନ କରାଯାଇଥାଏ ।
ଦୁର୍ଗା ପୂଜା ଆଶ୍ଵିନ ମାସରେ ହିନ୍ଦୁମାନେ ପାଳନ କରୁଥିବା ଏକ ଉତ୍ସବ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନହେଲେ ସେତେବେଳେ ବ୍ରହ୍ମା, ଶ୍ରୀବିଷ୍ଣୁ ଓ ଶିବଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜଦ୍ଵାରା ଦୁର୍ଗାଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳଦ୍ଵାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଗଦ୍ଵାରା ଶିରଚ୍ଛେଦ କଲେ । ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ ।
ଓଡ଼ିଶାର ସାମୁଦ୍ରିକ ବାଣିଜ୍ୟର ଇତିହାସ
ଓଡ଼ିଶା ପ୍ରଚୀନ ସମୟରେ କଳିଙ୍ଗ ନାମରେ ଜଣାଶୁଣା ଥିଲା । କଳିଙ୍ଗବାସୀଙ୍କର ସାମୁଦ୍ରିକ ବାଣିଜ୍ୟ ଖ୍ରୀଷ୍ଟପୂର୍ବ ୩୫୦ ପୂର୍ବରୁ ଆରମ୍ଭ ହୋଇସାରିଥିଲା ବୋଲି କେତେକ ପ୍ରାଚୀନ ସୂତ୍ରରୁ ଜଣାପଡେ । ଏହି ଅଞ୍ଚଳର ବ୍ୟବସାୟୀ/ସାଧବମାନେ ବଙ୍ଗୋପସାଗର ପାରକରି ଦକ୍ଷିଣ-ପୂର୍ବ ଏସିଆ ଓ ଚୀନ ସହିତ ବ୍ୟବସାୟିକ ସମ୍ବନ୍ଧ ସ୍ଥାପନ କରି ପାରିଥିଲେ । ଦକ୍ଷିଣ-ପୂର୍ବ ଏସିଆର ଅନେକ ସ୍ଥାନରେ କଳିଙ୍ଗର ସଂସ୍କୃତିର ଛାପ ଦେଖିବାକୁ ମିଳେ । ଖ୍ରୀଷ୍ଟାବ୍ଦ ଷଷ୍ଠ ଶତାବ୍ଦୀରେ ରଚିତ ମଞ୍ଜୁଶ୍ରୀମୂଳକଳ୍ପରେ ବଙ୍ଗୋପସାଗରକୁ “କଳିଙ୍ଗ ସାଗର” ବୋଲି କୁହାଯାଇଛି । ଏହା ସେହି ସମୟର ସାମୁଦ୍ରିକ ବାଣିଜ୍ୟରେ କଳିଙ୍ଗର ଏକଛତ୍ର ପ୍ରଭାବର ସୂଚନା ଦିଏ । ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ପାଳିତ ହେଉଥିବା ବାଲି ଯାତ୍ରା, ବୋଇତ ବନ୍ଦାଣ ଏହି ମହାନ ଇତିହାସର ଜୀବନ୍ତ ସାକ୍ଷୀ ।
ଭୁବନେଶ୍ଵର ଭୁବନେଶ୍ଵର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ଵର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ଵର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ଵାରା ବିଶେଷ ଆଦୃତ ହୋଇଅଛି ।ଭୁବନେଶ୍ବର ନାମଟି ଶିବଙ୍କ ଅନ୍ୟନାମ ତ୍ରିଭୁବନେଶ୍ବର ନାମରୁ ଆସିଅଛି । ଭୁବନେଶ୍ୱର ୩୦୦୦ ବର୍ଷ ଆଗରୁ ମହାମେଘ ବାହନ ଚେଦି ବଂଶଦ୍ଵାରା ଆରମ୍ଭ ହୋଇଥିଲା ଯେଉଁମାନଙ୍କ ରାଜଧାନୀ ବର୍ତ୍ତମାନର ଭୁବନେଶ୍ୱର ପାଖ ଶିଶୁପାଳଗଡ଼ରେ ଥିଲା । ଭୁବନେଶ୍ୱର ତୋଷାଳୀ, କଳିଙ୍ଗ ନଗରୀ, ନଗର କଳିଙ୍ଗ, ଏକାମ୍ର କାନନ, ଏକାମ୍ର କ୍ଷେତ୍ର ଏବଂ ମନ୍ଦିର ମାଳିନୀ ନଗରୀ ନାମରେ ପ୍ରସିଦ୍ଧ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଝାନସୀର ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ଵାଧୀନତା ସଂଗ୍ରାମର ଜଣେ ନାୟିକା । ସ୍ଵଦେଶ ଓ ସ୍ଵଜାତିକୁ ପରାଧୀନତାର ଶକ୍ତ ବନ୍ଧନରୁ ମୁକ୍ତ କରିବା ପାଇଁ ଯେଉଁ ନାରୀମାନେ ଆଗକୁ ମାଡି ଆସିଥିଲେ ସେମାନଙ୍କ ମଧ୍ୟରେ ଲକ୍ଷ୍ମୀବାଈ ଅଗ୍ରଗଣ୍ୟା। ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗ ଚାଳନା, ଅଶ୍ଵାରୋହଣ, ବିଭିନ୍ନ୍ ପ୍ରକାର ଶାରୀରିକ ବ୍ୟାୟମ,ଦୁର୍ଦ୍ଦାନ୍ତ ହସ୍ତୀ ମାନଙ୍କୁ ଆୟତ କରିବା ଆଦି ପୁରୁଷ ସୁଲଭ କଳାରେ ସେ ପାରଙ୍ଗମ ଥିଲେ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ପାର୍ବତୀ ଗିରୀ (୧୯ ଜାନୁଆରୀ ୧୯୨୬- ୧୯୯୫) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ ଥିଲେ, ସେ ପଶ୍ଚିମ ଓଡ଼ିଶାର ମଦର ଟେରେସା ଭାବେ ପରିଚିତ । ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଓଡ଼ିଶାର ନାରୀ ସ୍ୱାଧିନତା ସଂଗ୍ରାମୀମାନେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଛନ୍ତି । ସେ ଅବିଭାଜିତ ସମ୍ବଲପୁର ଜିଲ୍ଲା ତଥା ବର୍ତ୍ତମାନର ବରଗଡ଼ ଜିଲ୍ଲାର ବିଜେପୁର ନିକଚବର୍ତ୍ତୀ ସମଲାଇପଦର ଗ୍ରାମରେ ୧୯ ଜାନୁଆରୀ ୧୯୨୬ ମସିହାରେ ଜନ୍ମ ଗ୍ରହଣ କରିଥିଲେ।
୧୯୩୬ ଅପ୍ରେଲ ୧ ତାରିଖ ଦିନ ଏକ ରାଜ୍ୟ ଭାବେ ନବଗଠିତ ହେବା ସ୍ମୃତିରେ ଅପ୍ରେଲ ମାସ ୧ ତାରିଖ ଦିନ ଉତ୍କଳ ଦିବସ (ଓଡ଼ିଶା ଦିବସ) ପାଳନ କରାଯାଇଥାଏ । ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ । ୧୫୬୮ରେ ଶେଷ ହିନ୍ଦୁ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ, ବ୍ରିଟିଶ ଶାସନରୁ ଅଲଗା ହୋଇ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ଆନ୍ଦୋଳନ ତେଜିଥିଲା । ପ୍ରଥମେ ଓଡ଼ିଶା ରାଜ୍ୟ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ଵର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ତିଆରି କରାଯାଇଥିଲା । ସାର ଅଷ୍ଟିନ ହବାକ ଓଡ଼ିଶାର ପହିଲା ରାଜ୍ୟପାଳ ଭାବରେ ଶପଥ ନେଇଥିଲେ । ୧୯୩୬ ମସିହା ଏପ୍ରିଲ ପହିଲା ଦିନ ଓଡ଼ିଶାକୁ ଏକ ସ୍ଵତନ୍ତ୍ର ରାଜ୍ୟର ମାନ୍ୟତା ମିଳିଲା। ୧୯୯୨ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁନର୍ବିଭାଜନ କରି ୩୦ଟି ଜିଲ୍ଲାରେ ଭାଗ କରାଗଲା । ପ୍ରତି ବର୍ଷ ଏପ୍ରିଲ ପହିଲା ଦିନଟିକୁ ଓଡ଼ିଶା ଦିବସ ରୂପେ ପାଳନ କରା ଯାଇ ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର କର୍ଣ୍ଣଧାରମାନଙ୍କୁ ସମ୍ମାନ ଅର୍ପଣ କରାଯାଏ । , ଏବେ ଓଡ଼ିଶାରେ ୩୦ଟି ଜିଲ୍ଲା ରହିଛି ।
ସୁନାମି (ଇଂରାଜୀ: tsunami; ଏହା ଜାପାନୀ: 津波ରୁ ଆସିଛି("ତ୍ସୁନାମି"ବୋଲି ଉଚ୍ଚାରଣ କରାଯାଏ ) ; ଅର୍ଥ: "ପୋତାଶ୍ରୟରେ ଉଠୁଥିବା ଢେଉ (harbor wave)") ହେଉଛି କ୍ରମାନ୍ଵୟରେ ଆସୁଥିବା ଜଳ-ତରଙ୍ଗ, ଯାହାକି ମୁଖ୍ୟତଃ ହ୍ରଦ କିମ୍ବା ସମୁଦ୍ରରେ ବିଶାଳ ଜଳରାଶିର ସ୍ଥାନାନ୍ତରଣ ଯୋଗୁଁ ହୋଇଥାଏ । ଭୂମିକମ୍ପ, ଅଗ୍ନି ଉଦ୍ଗିରଣ, ଓ ପାଣି ଭିତରେ ହେଉଥିବା ଅନ୍ୟ ବିସ୍ଫୋରଣ, ଭୂ-ସ୍ଖଳନ, ଉଲକାପାତ ଏବଂ ଜଳସ୍ଥର ତଳେ କିମ୍ବା ଉପରେ ହେଉଥିବା ଯେକୌଣସି ଅସ୍ଥିରତା ଯୋଗୁଁ ହିଁ ସୁନାମି ସୃଷ୍ଟି ହୋଇଥାଏ ।ସୁନାମି ସାଧାରଣ ସାମୁଦ୍ରିକ ଢେଉ ନୁହେଁ, କାରଣ ଏହାର "ତରଙ୍ଗ ଦୈର୍ଘ୍ୟ" ବହୁତ ଲମ୍ବା ହୋଇଥାଏ । ଏହା ସାଧାରଣ ଢେଉ ଭାଙ୍ଗିବା ପରି ଦେଖା ନ ଯାଇ ବରଂ କ୍ଷିପ୍ର ଗତିରେ ଉଠୁଥିବା ଜୁଆର ପରି ଦେଖାଯାଏ, ଏଣୁ ଏହାକୁ ଇଂରାଜୀରେ tidal waves କହନ୍ତି । ସୁନାମି ସାଧାରଣତଃ ତରଙ୍ଗ ଶୃଙ୍ଖଳକୁ ନେଇ ତିଆରି ହୋଇଥାଏ ଓ ଏହାର ଆବର୍ତ୍ତିକାଳ ଗୋଟିଏ ମିନିଟରୁ ଗୋଟିଏ ଘଣ୍ଟା ପର୍ଯ୍ୟନ୍ତ ହୋଇପାରେ । (ଇଂରାଜୀରେ ଏହାକୁ wave train କୁହାଯାଏ) ସୁନାମିର ପ୍ରଭାବ ଉପକୂଳବର୍ତ୍ତୀ ଅଞ୍ଚଳ ଗୁଡିକ ମଧ୍ୟରେ ସୀମିତ ଥିଲେ ହେଁ ସେମାନଙ୍କର ଧ୍ଵଂସକାରୀ ଶକ୍ତି ବହୁତ ଅଧିକ ହୋଇଥାଏ ଓ ଏହା ସଂପୂର୍ଣ୍ଣ ମହାସାଗର ତଳକୁ ପ୍ରଭାବିତ କରିପାରେ । ୨୦୦୪ ଭାରତ ମହାସାଗରରେ ହୋଇଥିବା ସୁନାମି, ମାନବ ଇତିହାସରେ ସବୁଠାରୁ ଧ୍ଵଂସକାରୀ ପ୍ରକୃତିକ ବିପର୍ଜୟ ଥିଲା । ଏଥିରେ ଭାରତ ମହାସାଗରରେ ଥିବା ୧୪ଟି ଦେଶରେ ୨୩୦,୦୦୦ରୁ ଊର୍ଦ୍ଧ୍ଵ ଲୋକଙ୍କର ପ୍ରାଣହାନୀ ହୋଇଥିଲା । ଖ୍ରୀ.ପୂ.
ଟଗର ଏକ ଧଳା ଫୁଲ ଅଟେ । ଏହାର ବୈଜ୍ଞାନିକ ନାମ ହେଉଛି tabernaemontana divaricata । ଇଂରାଜୀରେ ଏହାକୁ ପିନହୁଇଲ ଫୁଲ ଓ କ୍ରେପ ଜସ୍ମିନ ବୋଲି କୁହାଯାଏ । ଏହା ପ୍ରମୁଖ ଦକ୍ଷିଣପୂର୍ବ ଏସିଆ ମହାଦେଶରେ ଦେଖଯାଏ ଯେଉଁଠି ଜଳବାୟୁ ଉଷ୍ମ ଥାଏ । ଏହି ଗଛର କାଣ୍ଡରୁ ଧଳା କ୍ଷୀର ଭଳି ତରଳ ପଦାର୍ଥ ବାହାରିଥାଏ,ତେଣୁ ଏହାକୁ ପଶ୍ଚିମବଙ୍ଗରେ କ୍ଷୀର ଫୁଲ ବୋଲି କୁହାଯାଏ ।
ଦୁର୍ଗା ପୂଜା ହିନ୍ଦୁଧର୍ମାବଲମ୍ବୀମାନଙ୍କର ତଥା ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହି ପର୍ବର ଶେଷ ଦିନଟିକୁ ଦଶହରା ବା ବିଜୟା ଦଶମୀ ନାମରେ ପରିଚିତ । ଦୁର୍ଗା ପୂଜା ଶକ୍ତି ଉପାସନାର ପର୍ବ । ଏହା ବିଭିନ୍ନ କୁଳାଚାର ମତେ ଷୋଳଦିନ, ନଅଦିନ ବା ତିନିଦିନ ଧରି ପାଳିତ ହୁଏ । ମୁଖ୍ୟତଃ ଶରତ ଋତୁର ଆଶ୍ଵିନ ଶୁକ୍ଲପକ୍ଷ ପ୍ରତିପଦ ଠାରୁ ନବମୀ ବିଶେଷଭାବେ ଦେବୀଙ୍କ ପୂଜନର ପ୍ରକୃଷ୍ଟ ସମୟ ହୋଇଥିଲେ ହେଁ ଚୈତ୍ର ଶୁକ୍ଲ ପକ୍ଷରେ ମଧ୍ୟ ଏହା ବାସନ୍ତୀ ନବରାତ୍ର ରୂପେ ପାଳନ କରାଯାଇଥାଏ । ଦେବୀ ପୁରାଣ ଓ କାଳିକା ପୁରାଣରେ ଦୁର୍ଗାପୂଜାକୁ ଶାରଦୀୟ ପାର୍ବଣ କୁହାଯାଉଥିବା ବେଳେ ମାର୍କଣ୍ଡେୟ ପୁରାଣରେ ବାର୍ଷିକୀ ଶାରଦ ପୂଜନ କୁହାଯାଏ । ଦେବୀ ଦୁର୍ଗା ଦୁଃଖନାଶିନୀ।ନବରାତ୍ରୀରେ ଦୁର୍ଗାଙ୍କୁ ଶ୍ରଦ୍ଧାର ସହ ପୂଜା କଲେ ଉପାସକ ନବଶକ୍ତି ପ୍ରାପ୍ତ ହେଇଥାନ୍ତି । ଶାରଦୀୟ ନବରାତ୍ରୀ କାଳରେ ବ୍ରହ୍ମାଣ୍ଡର ସମସ୍ତ ଗ୍ରହ ସକ୍ରିୟ ଥିବାରୁ ଶକ୍ତି ଉପାସକଙ୍କର କୈଣସି ଅନିଷ୍ଟ ହୁଏନାହିଁ । ଦୁର୍ଗାଙ୍କର ଏହି ନବଶକ୍ତି ଜାଗ୍ରତ କରିବା ପାଇଁ ନବାର୍ଣ୍ଣ ବା ନବାକ୍ଷରୀ ମନ୍ତ୍ର ଜପ କରିବା ପାଇଁ ପରାମର୍ଶ ଦିଆଯାଇଛି । ନବର ଅର୍ଥ ନଅ ଓ ଅର୍ଣର ଅର୍ଥ ଅକ୍ଷର । ନବାର୍ଣ୍ଣ ମନ୍ତ୍ରଟି ହେଉଛି - ଐଂ ହ୍ଲୀଂ କ୍ଲୀଂ ଚାମୁଣ୍ଡାୟୈ ବିଚ୍ଚେ।ଏହି ମନ୍ତ୍ରର ପ୍ରତ୍ୟେକ ଅକ୍ଷର ଦୁର୍ଗାଙ୍କ ଗୋଟିଏ ଗୋଟିଏ ଶକ୍ତିର ପରିଚାୟକ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ଜନ୍ମ ନିରୋଧ ବା ଜନ୍ମ ନିୟନ୍ତ୍ରଣ ବା ପ୍ରଜନନ ଶକ୍ତି ନିୟନ୍ତ୍ରଣ ଏକ ପଦ୍ଧତି ଯାହାଦ୍ଵାରା ଗର୍ଭ ନିରୋଧ କରାଯାଏ ଅର୍ଥାତ ପିଲା ଜନ୍ମ ନ ହେବା ନିମନ୍ତେ ବନ୍ଦବୋସ୍ତ କରାଯାଏ । ଯୋଜନା, ବନ୍ଦବୋସ୍ତ ଓ ଜନ୍ମ ନିୟନ୍ତ୍ରଣକୁ ସାମୁହିକ ଭାବରେ ପରିବାର ଯୋଜନା ବା ପରିବାର ନିୟନ୍ତ୍ରଣ କହନ୍ତି । ପୁରାକାଳରୁ ଜନ୍ମ ନିରୋଧ ପଦ୍ଧତିର ପ୍ରଚଳନ ଚାଲିଆସିଛି କିନ୍ତୁ ବିଂଶ ଶତାବ୍ଦୀରେହିଁ ଫଳପ୍ରଦ ଓ ନିରାପଦ ପଦ୍ଧତି ଉପଲବ୍ଧ ହେଲା । ଧାର୍ମିକ, ନୈତିକ ଓ ରାଜନୈତିକ କାରଣରୁ ଅନେକ ସଂସ୍କୃତିରେ ଜନ୍ମ ନିରୋଧକୁ ବିରୋଧ କରାଯାଏ ।ସବୁଠାରୁ ଫଳପ୍ରଦ ବନ୍ଧ୍ୟାକରଣ ମଧ୍ୟରେ ଭାସେକ୍ଟୋମି(ପୁରୁଷମାନଙ୍କର ବନ୍ଧ୍ୟାକରଣ), ମହିଳାମାନଙ୍କର ଟ୍ୟୁବାଲ ଲାଇଗେସନ୍, ଆଇ.ୟୁ.ଡି.
ଗୋପାଳ ଚନ୍ଦ୍ର ପ୍ରହରାଜ (୧୮୭୪-୧୯୪୫) ଜଣେ ଖ୍ୟାତନାମା ଓଡ଼ିଆ ଭାଷାବିଦ, ଲେଖକ ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ଏକ ସମ୍ଭ୍ରାନ୍ତ ଜମିଦାର ବ୍ରାହ୍ମଣ ପରିବାରରେ ହୋଇଥିଲା । ପେଷାରେ ଜଣେ ଓକିଲ ହୋଇଥିଲେ ମଧ୍ୟ ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।