ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ମାଳତୀ ଚୌଧୁରୀ ୨୬ ଜୁଲାଇ ୧୯୦୪ରେ ଏକ ବ୍ରାହ୍ମ ପରିବାରରେ ବାପା ବାରିଷ୍ଟର କୁମୁଦ ନାଥ ସେନ ଓ ମାଆ ସ୍ନେହଲତା ସେନଙ୍କ ଠାରୁ ଜନ୍ମ ନେଇଥିଲେ । ୨.୫ ବର୍ଷ ବୟସରେ ବାପାଙ୍କୁ ହରାଇ ସେ ମାଆଙ୍କ ଦେଇ ପରିପାଳିତ ହୋଇଥିଲେ । ବିଶ୍ଵକବି ରବିନ୍ଦ୍ରନାଥ ତାଙ୍କୁ ସ୍ନେହରେ ମିନୁ ଓ ଗାନ୍ଧୀଜୀ ତାଙ୍କୁ ତୁଫାନୀ ନାମରେ ଡାକୁଥିଲା ବେଳେ ସେ ଓଡ଼ିଶାବାସୀଙ୍କ ଆଦରଣୀୟ ନୂମା (ନୂଆ ମା) ଭାବେ ପରିଚିତ ଥିଲେ ।
ଦୁର୍ଗା ପୂଜା ଆଶ୍ଵିନ ମାସରେ ହିନ୍ଦୁମାନେ ପାଳନ କରୁଥିବା ଏକ ଉତ୍ସବ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନହେଲେ ସେତେବେଳେ ବ୍ରହ୍ମା, ଶ୍ରୀବିଷ୍ଣୁ ଓ ଶିବଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜଦ୍ଵାରା ଦୁର୍ଗାଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳଦ୍ଵାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଗଦ୍ଵାରା ଶିରଚ୍ଛେଦ କଲେ । ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଓଡ଼ିଶାର ସାମୁଦ୍ରିକ ବାଣିଜ୍ୟର ଇତିହାସ
ଓଡ଼ିଶା ପ୍ରଚୀନ ସମୟରେ କଳିଙ୍ଗ ନାମରେ ଜଣାଶୁଣା ଥିଲା । କଳିଙ୍ଗବାସୀଙ୍କର ସାମୁଦ୍ରିକ ବାଣିଜ୍ୟ ଖ୍ରୀଷ୍ଟପୂର୍ବ ୩୫୦ ପୂର୍ବରୁ ଆରମ୍ଭ ହୋଇସାରିଥିଲା ବୋଲି କେତେକ ପ୍ରାଚୀନ ସୂତ୍ରରୁ ଜଣାପଡେ । ଏହି ଅଞ୍ଚଳର ବ୍ୟବସାୟୀ/ସାଧବମାନେ ବଙ୍ଗୋପସାଗର ପାରକରି ଦକ୍ଷିଣ-ପୂର୍ବ ଏସିଆ ଓ ଚୀନ ସହିତ ବ୍ୟବସାୟିକ ସମ୍ବନ୍ଧ ସ୍ଥାପନ କରି ପାରିଥିଲେ । ଦକ୍ଷିଣ-ପୂର୍ବ ଏସିଆର ଅନେକ ସ୍ଥାନରେ କଳିଙ୍ଗର ସଂସ୍କୃତିର ଛାପ ଦେଖିବାକୁ ମିଳେ । ଖ୍ରୀଷ୍ଟାବ୍ଦ ଷଷ୍ଠ ଶତାବ୍ଦୀରେ ରଚିତ ମଞ୍ଜୁଶ୍ରୀମୂଳକଳ୍ପରେ ବଙ୍ଗୋପସାଗରକୁ “କଳିଙ୍ଗ ସାଗର” ବୋଲି କୁହାଯାଇଛି । ଏହା ସେହି ସମୟର ସାମୁଦ୍ରିକ ବାଣିଜ୍ୟରେ କଳିଙ୍ଗର ଏକଛତ୍ର ପ୍ରଭାବର ସୂଚନା ଦିଏ । ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ପାଳିତ ହେଉଥିବା ବାଲି ଯାତ୍ରା, ବୋଇତ ବନ୍ଦାଣ ଏହି ମହାନ ଇତିହାସର ଜୀବନ୍ତ ସାକ୍ଷୀ ।
ଅନ୍ନପୂର୍ଣ୍ଣା ମହାରଣା (୧୯୧୭-୨୦୧୨) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ ଥିଲେ । ସେ ୧୯୧୭ ମସିହା ନଭେମ୍ବର ୩ ତାରିଖରେ କଟକର ବାଖରାବାଦଠାରେ ଜନ୍ମଗ୍ରହଣ କରିଥିଲେ । ସ୍ଵାଧୀନତା ସଂଗ୍ରାମୀ ବାପା ଗୋପବନ୍ଧୁ ଚୌଧୁରୀ ଓ ମା' ରମାଦେବୀ ଚୌଧୁରୀଙ୍କ ସଂଗ୍ରାମମୟ ଜୀବନର ଛିଟାପଡିଥିଲା ତାଙ୍କ ଉପରେ । ତାଙ୍କର ଶ୍ରଦ୍ଧାନାମ ଥିଲା "ଚୁନୁ" । ତେଣୁ ପରବର୍ତ୍ତୀ ସମୟରେ ସେ "ଚୁନୁଅପା" ନାମରେ ବେଶୀ ପରିଚିତ ହେଲେ । ଗୋପବନ୍ଧୁଙ୍କ ସପରିବାର ଗାନ୍ଧୀ-ନୀତି ଗ୍ରହଣ କରିଥିବାରୁ, ଅନ୍ନପୂର୍ଣ୍ଣାଙ୍କ ଉପରେ ପିଲାଦିନରୁ ଏହାର ପ୍ରଭାବ ପଡ଼ିଥିଲା ଓ ଏହି ଆଦର୍ଶରେ ସେ ଆଜୀବନ ବଞ୍ଚିଥିଲେ । ଗୋପବନ୍ଧୁ ନିଜର ସନ୍ତାନଙ୍କୁ ସରକାରୀ ସ୍କୁଲରେ ପଢାଇବାକୁ ଇଚ୍ଛୁକ ନଥିବାରୁ, ଅନ୍ନପୂର୍ଣ୍ଣାଙ୍କ ଶିକ୍ଷା ଘର ମଧ୍ୟରେ ହୋଇଥିଲା ।
ଦୁର୍ଗା ପୂଜା ହିନ୍ଦୁଧର୍ମାବଲମ୍ବୀମାନଙ୍କର ତଥା ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହି ପର୍ବର ଶେଷ ଦିନଟିକୁ ଦଶହରା ବା ବିଜୟା ଦଶମୀ ନାମରେ ପରିଚିତ । ଦୁର୍ଗା ପୂଜା ଶକ୍ତି ଉପାସନାର ପର୍ବ । ଏହା ବିଭିନ୍ନ କୁଳାଚାର ମତେ ଷୋଳଦିନ, ନଅଦିନ ବା ତିନିଦିନ ଧରି ପାଳିତ ହୁଏ । ମୁଖ୍ୟତଃ ଶରତ ଋତୁର ଆଶ୍ଵିନ ଶୁକ୍ଲପକ୍ଷ ପ୍ରତିପଦ ଠାରୁ ନବମୀ ବିଶେଷଭାବେ ଦେବୀଙ୍କ ପୂଜନର ପ୍ରକୃଷ୍ଟ ସମୟ ହୋଇଥିଲେ ହେଁ ଚୈତ୍ର ଶୁକ୍ଲ ପକ୍ଷରେ ମଧ୍ୟ ଏହା ବାସନ୍ତୀ ନବରାତ୍ର ରୂପେ ପାଳନ କରାଯାଇଥାଏ । ଦେବୀ ପୁରାଣ ଓ କାଳିକା ପୁରାଣରେ ଦୁର୍ଗାପୂଜାକୁ ଶାରଦୀୟ ପାର୍ବଣ କୁହାଯାଉଥିବା ବେଳେ ମାର୍କଣ୍ଡେୟ ପୁରାଣରେ ବାର୍ଷିକୀ ଶାରଦ ପୂଜନ କୁହାଯାଏ । ଦେବୀ ଦୁର୍ଗା ଦୁଃଖନାଶିନୀ।ନବରାତ୍ରୀରେ ଦୁର୍ଗାଙ୍କୁ ଶ୍ରଦ୍ଧାର ସହ ପୂଜା କଲେ ଉପାସକ ନବଶକ୍ତି ପ୍ରାପ୍ତ ହେଇଥାନ୍ତି । ଶାରଦୀୟ ନବରାତ୍ରୀ କାଳରେ ବ୍ରହ୍ମାଣ୍ଡର ସମସ୍ତ ଗ୍ରହ ସକ୍ରିୟ ଥିବାରୁ ଶକ୍ତି ଉପାସକଙ୍କର କୈଣସି ଅନିଷ୍ଟ ହୁଏନାହିଁ । ଦୁର୍ଗାଙ୍କର ଏହି ନବଶକ୍ତି ଜାଗ୍ରତ କରିବା ପାଇଁ ନବାର୍ଣ୍ଣ ବା ନବାକ୍ଷରୀ ମନ୍ତ୍ର ଜପ କରିବା ପାଇଁ ପରାମର୍ଶ ଦିଆଯାଇଛି । ନବର ଅର୍ଥ ନଅ ଓ ଅର୍ଣର ଅର୍ଥ ଅକ୍ଷର । ନବାର୍ଣ୍ଣ ମନ୍ତ୍ରଟି ହେଉଛି - ଐଂ ହ୍ଲୀଂ କ୍ଲୀଂ ଚାମୁଣ୍ଡାୟୈ ବିଚ୍ଚେ।ଏହି ମନ୍ତ୍ରର ପ୍ରତ୍ୟେକ ଅକ୍ଷର ଦୁର୍ଗାଙ୍କ ଗୋଟିଏ ଗୋଟିଏ ଶକ୍ତିର ପରିଚାୟକ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ବିଭିନ୍ନ କ୍ଷେତ୍ରରେ ଓଡ଼ିଶାର ପ୍ରଥମ ମହିଳାମାନଙ୍କ ତାଲିକା
ଏହା ସମୟ କ୍ରମେ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ଓଡ଼ିଶାର ପ୍ରଥମ ମହିଳାମାନଙ୍କ ତାଲିକା ।
ପାର୍ବତୀ ଗିରୀ (୧୯ ଜାନୁଆରୀ ୧୯୨୬- ୧୯୯୫) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ ଥିଲେ, ସେ ପଶ୍ଚିମ ଓଡ଼ିଶାର ମଦର ଟେରେସା ଭାବେ ପରିଚିତ । ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଓଡ଼ିଶାର ନାରୀ ସ୍ୱାଧିନତା ସଂଗ୍ରାମୀମାନେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଛନ୍ତି । ସେ ଅବିଭାଜିତ ସମ୍ବଲପୁର ଜିଲ୍ଲା ତଥା ବର୍ତ୍ତମାନର ବରଗଡ଼ ଜିଲ୍ଲାର ବିଜେପୁର ନିକଚବର୍ତ୍ତୀ ସମଲାଇପଦର ଗ୍ରାମରେ ୧୯ ଜାନୁଆରୀ ୧୯୨୬ ମସିହାରେ ଜନ୍ମ ଗ୍ରହଣ କରିଥିଲେ।
ବଲାଙ୍ଗୀର ଜିଲ୍ଲାର ପାଟଣାଗଡ ଉପଖଣ୍ଡ ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ପର୍ବତର ପାଦଦେଶରେ ଥିବା ହରିଶଙ୍କର ଉଭୟ ଶୈବପୀଠ ଓ ପ୍ରାକୃତିକ ସୌନ୍ଦର୍ଯ୍ୟ ପାଇଁ ପ୍ରସିଦ୍ଧ । ଏହାର ଦୂରତା ସଦର ମହକୁମାରୁ ପ୍ରାୟ ୮୦ କି.ମି ହେବ । ଗନ୍ଧମାର୍ଦ୍ଦନ ପର୍ବତର ଉତ୍ତରାଞ୍ଚଳରେ ବରଗଡ଼ ଜିଲ୍ଲାର ପ୍ରସିଦ୍ଧ ନୃସିଂହନାଥ ମନ୍ଦିର ଥିବାବେଳେ ଦକ୍ଷିଣରେ ରହିଛି ହରିଶଙ୍କର । ଏହି ପୀଠରେ ହରି ଓ ଶଙ୍କର ଏକାଠି ପୂଜା ପାଉଥିବାରୁ ଏହି ପୀଠର ସ୍ଵତନ୍ତ୍ରତା ରହିଛି । ହରିଶଙ୍କର ମନ୍ଦିର ଏବଂ ନୃସିଂହନାଥ ମନ୍ଦିର ମଧ୍ୟରେ ଅବସ୍ଥିତ ମାଳଭୂମିରେ ବୌଦ୍ଧ ଧର୍ମାଲମ୍ବୀଙ୍କଦ୍ୱାରା ନିର୍ମାଣ କରାଯାଇଥିବା ଧ୍ୱସ୍ତବିଧ୍ୱସ୍ତ ଏକ ପ୍ରାଚୀନ ପରିମଳଗିରି ବିଶ୍ୱବିଦ୍ୟାଳୟ ରହିଛି ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ନଅଦିନ ବ୍ୟାପି ହେଉଥିବା ଏହି ପୂଜାରେ ଶକ୍ତି ସ୍ୱରୂପିଣୀ ମା’ ଦୁର୍ଗାଙ୍କୁ ବିଭିନ୍ନ ରୂପରେ ପୂଜା କରାଯାଏ ଏହି ନବରାତ୍ରିର ପ୍ରଥମ ତିନିଦିନରେ ମା’ଙ୍କୁ ଦୁଷ୍ଟ ବିନାଶିନୀ ଦୁର୍ଗା ତଥା କାଳୀ ରୂପରେ ପୂଜା କରାଯାଏ । ମଝି ତିନିଦିନରେ ମା’ଙ୍କୁ ଧନଧାନ୍ୟ ତଥା ସମ୍ପଦର ଦେବୀ ଲକ୍ଷ୍ମୀଙ୍କ ରୂପରେ ପୂଜା କରାଯାଏ । ସେହିପରି ଶେଷ ତିନିଦିନରେ ମା’ ବିଦ୍ୟାଦାତ୍ରୀ ସରସ୍ୱତୀ ଭାବେ ପୂଜା ପାଇଥାନ୍ତି । ନବରାତ୍ରିର ଶେଷ ଦିନରେ ବିଜୟା ଦଶମୀ ପାଳିତ ହୋଇଥାଏ ।
ବାଲୁଙ୍କେଶ୍ୱର ମନ୍ଦିର ଓଡ଼ିଶାର ଯାଜପୁର ଜିଲ୍ଲାର ଥିବା କଷବା-ଷାଠିବାଟିରେ ଅବସ୍ଥିତ ଏକ ପୁରାତନ ଶିବ ମନ୍ଦିର । ଏଠାରେ ବାଲୁଙ୍କେଶ୍ୱର ପୂଜା ପାଇଥାନ୍ତି । ଆଗରୁ କଷବା ଓ ଷାଠିବାଟିରେ ବହୁଥିବା ଜୁଣେଇ ନଦୀର ଶୁଖିଲା ଶଯ୍ୟାରେ ଏହି ମନ୍ଦିରଟି ସ୍ଥାପନ ହୋଇଥିଲା । ଏହା ଏକାଦଶ ଶତାବ୍ଦୀରେ ସ୍ଥାପିତ ହୋଇଥିଲା । ଯାଜପୁରର କଇଆଁଗୋଲା ରାସ୍ତାର ମଙ୍ଗଳପୁରଠାରୁ ବଡକୁଆଁଲ ରାସ୍ତାରେ ୧.୫ କି.ମି.ଗଲେ ଥାଲକୁଡ଼ି ପଞ୍ଚାୟତର କଷବା ଏବଂ ପାଲଟପୁର ପଞ୍ଚାୟତର ଷାଠିବାଟିରେ ବାଲୁଙ୍କେଶ୍ୱର ମନ୍ଦିର ରହିଛି ।
ଗୋପାଳ ଚନ୍ଦ୍ର ପ୍ରହରାଜ (୧୮୭୪-୧୯୪୫) ଜଣେ ଖ୍ୟାତନାମା ଓଡ଼ିଆ ଭାଷାବିଦ, ଲେଖକ ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ଏକ ସମ୍ଭ୍ରାନ୍ତ ଜମିଦାର ବ୍ରାହ୍ମଣ ପରିବାରରେ ହୋଇଥିଲା । ପେଷାରେ ଜଣେ ଓକିଲ ହୋଇଥିଲେ ମଧ୍ୟ ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଭାରତୀୟ ସମ୍ବିଧାନର ମୁଖବନ୍ଧ ଓ ମୌଳିକ ବୈଶିଷ୍ଟ୍ୟ
ଭାରତୀୟ ସମ୍ବିଧାନର ବୈଶିଷ୍ଟ୍ୟ ବର୍ଣ୍ଣନା କଲାବେଳେ କେତେକ ପ୍ରଧାନ ବ୍ୟବସ୍ଥା ପ୍ରତି ଦୃଷ୍ଟିଦେବାକୁ ହୁଏ ।
ଭୁବନେଶ୍ଵର ଭୁବନେଶ୍ଵର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ଵର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ଵର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ଵାରା ବିଶେଷ ଆଦୃତ ହୋଇଅଛି ।ଭୁବନେଶ୍ବର ନାମଟି ଶିବଙ୍କ ଅନ୍ୟନାମ ତ୍ରିଭୁବନେଶ୍ବର ନାମରୁ ଆସିଅଛି । ଭୁବନେଶ୍ୱର ୩୦୦୦ ବର୍ଷ ଆଗରୁ ମହାମେଘ ବାହନ ଚେଦି ବଂଶଦ୍ଵାରା ଆରମ୍ଭ ହୋଇଥିଲା ଯେଉଁମାନଙ୍କ ରାଜଧାନୀ ବର୍ତ୍ତମାନର ଭୁବନେଶ୍ୱର ପାଖ ଶିଶୁପାଳଗଡ଼ରେ ଥିଲା । ଭୁବନେଶ୍ୱର ତୋଷାଳୀ, କଳିଙ୍ଗ ନଗରୀ, ନଗର କଳିଙ୍ଗ, ଏକାମ୍ର କାନନ, ଏକାମ୍ର କ୍ଷେତ୍ର ଏବଂ ମନ୍ଦିର ମାଳିନୀ ନଗରୀ ନାମରେ ପ୍ରସିଦ୍ଧ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ପ୍ରଶାନ୍ତ ମହାସାଗର (Pacific Ocean) ପୃଥିବୀର ବୃହତ୍ତମ ଓ ଗଭୀରତମ ମହାସାଗର । ଏହାର ପଶ୍ଚିମରେ ଏସିଆ ଓ ଅଷ୍ଟ୍ରେଲିଆ ମହାଦେଶ ରହିଅଛି । ପୂର୍ବରେ ଉତ୍ତର ଆମେରିକା ଓ ଦକ୍ଷିଣ ଆମେରିକା ଅଛି । ଏହାର ଦକ୍ଷିଣରେ ଦକ୍ଷିଣ ମହାସାଗର (Antarctic Ocean ) ତଥା ଆଣ୍ଟାର୍କଟିକା ମହାଦେଶ ଏବଂ ଉତ୍ତରରେ ଉତ୍ତର ମହାସାଗର (Arctic Ocean) ରହିଛି । ପୃଥିବୀ ପୃଷ୍ଠର କ୍ଷେତ୍ରଫଳର ପ୍ରାୟ ଏକ ତୃତୀୟାଂଶ ଏହାର ଅନ୍ତର୍ଗତ । ଏହାର ହାରାହାରି ଗଭୀରତା ପ୍ରାୟ ୩୯୪୦ ମିଟର । ଏହି ମହାସାଗରରେ ଗୁଆମ ଦ୍ୱୀପ ନିକଟରେ ପୃଥିବୀର ଗଭୀରତମ ମ୍ୟାରିଆନା ଖାତ (Mariana Trench) ଅବସ୍ଥିତ । ଏହି ଖାତର ଗଭୀରତା ୧୧୦୩୫ ମିଟର । ପ୍ରଶାନ୍ତ ମହାସାଗରରେ (Pacific Ocean) ଛୋଟ ବଡ଼ ଅନେକଗୁଡ଼ିଏ ଦ୍ୱୀପ ରହିଛି । ଏମାନଙ୍କ ମଧ୍ୟରୁ ମୁଖ୍ୟ ଦ୍ୱୀପଗୁଡ଼ିକ ହେଉଛି:
କାପୋସିସ ସାର୍କୋମା (ଇଂରାଜୀ ଭାଷାରେ Kaposi's sarcoma/ KS) ଏକ ପ୍ରକାର କର୍କଟ ରୋଗ ଯେଉଁଥିରେ ଚର୍ମ, ଲସିକା ଗ୍ରନ୍ଥି ବା ଅନ୍ୟାନ୍ୟ ଅଙ୍ଗମାନଙ୍କରେ (organs) ଫୁଲା ବା ଗୋଟାଳି ହୁଏ । ଏହି ଫୁଲା ବା ଦାଗର ରଙ୍ଗ ପରପ୍ଲ (Purple) ହୋଇଥାଏ । ଏହା ସୀମିତ ସ୍ଥାନରେ ବା ବିଚ୍ଛୁରିତ ଭାବରେ ଦେଖାଯାଇପାରେ । ଧୀରେ ଧୀରେ ବା ଦୃତ ଗତିରେ ଏହାର ଅବସ୍ଥା ଦିନକୁ ଦିନ ଖରାପ ଦିଗକୁ ଗତି କରେ । ଏହା ଫୁଲା ବା ସମତଳ ଆକାରର ହୋଇପାରେ । ସମସ୍ତ ରୋଗୀଙ୍କର ମାନବ ହର୍ପିସଭୁତାଣୁ ୮/(ଏଚଏଚଭି୮) (Human herpesvirus 8?
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ବ୍ରହ୍ମେଶ୍ୱର ମନ୍ଦିର, ଭାରତୀୟ ରାଜ୍ୟ ଓଡ଼ିଶାର ରାଜଧାନୀ ସହର ଭୁବନେଶ୍ୱରଠାରେ ରହିଥିବା ଏକ ୯ ମ ଶତାବ୍ଦୀ ଶେଷାର୍ଦ୍ଧରେ ନିର୍ମିତ ଶିବ ମନ୍ଦିର । ଏହି ମନ୍ଦିର ଅଭ୍ୟନ୍ତରରେ ସୁନ୍ଦର ପ୍ରସ୍ତର ଖୋଦିତ ବିରଳ କଳା ଦେଖିବାକୁ ମିଳେ । ମନ୍ଦିରରେ ଖୋଦିତ ହେଇଥିବା ଶିଳାଲେଖଦ୍ଵାରା ଏହି ମନ୍ଦିରର ନିର୍ମାଣ କାଳ ବିଷୟରେ ସଠିକ ସୂଚନା ମିଳୁଥିଲା । ତେବେ ବର୍ତ୍ତମାନ ତାହା ଅବଲୁପ୍ତ ଅବସ୍ଥାରେ ରହିଛି । ତେବେ ୧୦୫୮ ମସିହାର ଲେଖାକୁ ସଂରକ୍ଷିତ ଭାବରେ ରଖା ଯାଇଛି । ସେହି ଲେଖାନୁସାରେ ସୋମବଂଶୀ ରାଜା ଉଦ୍ୟୋତକେଶରୀଙ୍କ ଶାସନର ୧୮ ତମ ବର୍ଷରେ ତାଙ୍କ ମାତା କୋଳାବତୀ ଦେବୀଙ୍କଦ୍ଵାରା ଏହା ନିର୍ମିତ ହେଇଥିବାର ଜଣା ଯାଇଥାଏ , ଯାହା ୧୦୫୮ ମସିହା ଥିଲା ।
ପଞ୍ଚଲିଙ୍ଗେଶ୍ଵର ଶିବ ମନ୍ଦିର ଓଡ଼ିଶାର ବାଲେଶ୍ଵର ଜିଲାର ନୀଳଗିରି ପାଖରେ ଥିବା ପଞ୍ଚଲିଙ୍ଗେଶ୍ଵରରେ ଅବସ୍ଥିତ । ଏହି ଲିଙ୍ଗଗୁଡ଼ିକର ଦର୍ଶନ କରିବା ପାଇଁ ଜଣକୁ ପାହାଡ଼଼ି ଚଟାଣ ଭିତରେ ବହିଯାଇଥିବା ଝରଣା ପାଣି ଦେଇ ହାତରେ ଛୁଇଁ ଜାଣିବାକୁ ପଡ଼ିବ । ଏଠାରେ ପାହାଡ଼଼ୀ ଝରଣା ଭିତରେ ପାଞ୍ଚୋଟି ଶିବଲିଙ୍ଗ ପୂଜାପାଉଛନ୍ତି ଯାହାଙ୍କ ନାମ ଅନୁସାରେ ଏହି ଜାଗାର ନାମ ପଞ୍ଚଲିଙ୍ଗେଶ୍ଵର ହୋଇଅଛି ।ବାଲେଶ୍ୱର ସମୁଦ୍ର ଉପକୂଳରେ ବଙ୍ଗୋପସାଗରର ବେଳାଭୂମିକୁ ସାମନ୍ତରାଳଭାବରେ କୁପାରୀ ଠାରୁ ନୀଳଗିରି ପର୍ଯ୍ୟନ୍ତ ପୂର୍ବଘାଟ ପର୍ବତମାଳା ଲମ୍ବିଆସିଛି । ୧୦୦୦ ଫୁଟ ଛୋଟ ଛୋଟ ପାହାଡ଼ "ଦେବଗିରି" ପର୍ବତମାଳାର ପଞ୍ଚେଲିଙ୍ଗେଶ୍ୱର ଏକ ଅଂଶ ବିଶେଷ । ଏହି ଶୈବପୀଠର ପାଦଦେଶରେ ଝରଣାଟିଏ ବହିଯାଇଛି । ଏହି ଜଳସ୍ରୋତ ମଧ୍ୟରେ ଅଦୃଶ୍ୟ ପାଞ୍ଚଗୋଟି ଲିଙ୍ଗ ହେଉଛନ୍ତି ପଞ୍ଚେଲିଙ୍ଗେଶ୍ୱର ପୀଠ । ଭକ୍ତମାନେ ଜଳସ୍ରୋତ ମଧ୍ୟରେ ପଞ୍ଚେଲିଙ୍ଗେଶ୍ୱରଙ୍କୁ ଦର୍ଶନ କରି ପୂଜାକରନ୍ତି । ପ୍ରସ୍ତର ଉପରେ ବସି ପୁଜକ ଶିବଲିଙ୍ଗ ପୂଜା କରିଥାନ୍ତି । ରାଜ୍ୟ ପର୍ଯ୍ୟଟନ ତରଫରୁ ଯାତ୍ରୀନିବାସର ଆନୁସାଙ୍ଗିକ ବ୍ୟବସ୍ଥା ମଧ୍ୟ ରହିଛି । ସରସ୍ୱତୀ ପୂଜା ସମୟରେ ପାଞ୍ଚ ଦିନ ବ୍ୟାପୀ ମେଳା ହୁଏ । ବହୁ ଲୋକ ଏଠାକୁ ଆସି ଦେବଦର୍ଶନ କରିଥାନ୍ତି ଓ ମନୋହାରୀ ଜିନିଷ କିଣିଥାନ୍ତି । ଦେବଗିରି ପର୍ବତର ଶିଖର ଦେଶରେ ମଣ୍ଡଳେଶ୍ୱରୀ ଦେବୀସ୍ଥାନ ରହିନ୍ତି । ଏହାଙ୍କୁ ବର୍ଷାଦେବୀ ମଧ୍ୟ କହାଯାଏ । ବର୍ଷା ନହେଲେ ଦେବୀଙ୍କୁ ପୂଜାକଲେ ବର୍ଷା ହୋଇଥାଏ ବୋଲି ଲୋକବିଶ୍ୱାସ ରହିଛି । ଦେବଗିରି ପର୍ବତମାଳା ପରିବେଷ୍ଟିତ ପର୍ବତର ଶୀର୍ଷଦେଶରୁ ମଙ୍ଗଳପୁର ପ୍ରାଚୀନ ପଥ ଓ ଦୁର୍ଗପର୍ଯ୍ୟନ୍ତ ଏକ ସୁଡ଼ଙ୍ଗ ରହିଛି । ଜନଶୃତି ଅଛି ଯେ ପଞ୍ଚଲିଙ୍ଗେଶ୍ୱର ପାହାଡ଼ର ପାଦଦେଶରୁ ଏହି ସୁଡଙ୍ଗ ରହିଛି ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ଦଶହରା ଓଡ଼ିଶାରେ ପାଳିତ ଏକ ଗଣପର୍ବ । ଓଡ଼ିଶା ଭିନ୍ନ ବିଭିନ୍ନ ଭାରତୀୟ ରାଜ୍ୟରେ ଏହା ଦଶେରା, ନବରାତ୍ରି, ଦୁର୍ଗା ପୂଜା ନାମରେ ସମାନ ସମୟରେ ପାଳିତ । ଏହା ଆୟୁଧ ପୂଜା ବା ଅସ୍ତ୍ରପୂଜା ନାମରେ ଓଡ଼ିଶାରେ ଆଗରୁ ପାଳିତ ହେଉଥିଲା ଯାହା ପରେ ବଙ୍ଗରୁ ଆରମ୍ଭ ମାଟି ମୂର୍ତ୍ତି ନିର୍ମାଣ କରି ଦୁର୍ଗା ପୂଜା ଅଥବା ଉତ୍ତର ଭାରତରେ ପାଳିତ "ନବରାତ୍ରି" ସହିତ ପାଳିତ ହୋଇଆସୁଛି । ଦଶହରା ଅବସରରେ ଖଣ୍ଡା, ଢାଲ, ଲଙ୍ଗଳ ଲୁହା, କରଣୀ ଆଦି ବିଭିନ୍ନ ପାରମ୍ପାରିକ ଯନ୍ତ୍ର ଓ ଉପକରଣ ଆଦି ଏହି ଦିନ ପୂଜା କରାଯାଇଥାଏ । ଓଡ଼ିଶା ଏକ କୃଷିପ୍ରଧାନ ରାଜ୍ୟ ହୋଇଥିବାରୁ କୃଷିଭିତ୍ତିକ ଉପକରଣ ହଳ-ଲଙ୍ଗଳ, ଐତିହାସିକ ଯୁଦ୍ଧରେ ଅରି ପରାହତ ନିମନ୍ତେ ବ୍ୟବହାର ହୋଇଥିବାରୁ ଖଣ୍ଡା, ଢାଲ ଆଦି ଉପକରଣ ତଥା ନଥିକରଣରେ ମୁଖ୍ୟ ଭୂମିକା ନିଭାଇଥିବାରୁ କରଣୀ ଆଦି ଉପକରଣକୁ ଏହି ଦିନ ପୂଜା କରାଯାଇଥାଏ । ଏହା ଓଡ଼ିଶାର ବିଭିନ୍ନ ଜାତିର ଲୋକଙ୍କ କୌଳିକ ପେଷାର ଉପକରଣମାନଙ୍କ ପ୍ରତି ଅଙ୍ଗୀକାରବଦ୍ଧତାକୁ ଦର୍ଶାଇବା ନିମନ୍ତେ ପାଳିତ ହୋଇଥାଏ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ବାମାପଦ ତ୍ରିପାଠୀ ଏବେ ସମାଜର ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
କାର୍ତ୍ତିକ ମାସ କୃଷ୍ଣପକ୍ଷ ଦ୍ୱାଦଶୀ ତିଥିରେ ଗୋବତ୍ସା ଦ୍ୱାଦଶୀ ଉତ୍ସବ ପାଳନ କରାଯାଇଥାଏ । ଏହିଦିନ ଗାଈ ଓ ବାଛୁରୀଙ୍କ ପୂଜା କରାଯାଇଥାଏ । ଏହି ବ୍ରତରେ ପ୍ରଦୋଷବ୍ୟାପିନୀ ତିଥି ଗ୍ରହଣ କରାଯାଇଥାଏ । ଘରେ ଗାଈ କିମ୍ବା ବାଛୁରୀ ନଥିଲେ ଏହିଦିନ ଓଦା ମାଟିରେ ଗାଈ ଏବଂ ବାଛୁରୀର ପ୍ରତିମା ଗଢ଼ି ପୂଜା କରିବାର ବିଧି ରହିଛି । ଏହିଦିନ ଗୋଦୁଗ୍ଧରୁ ପ୍ରସ୍ତୁତ ଖାଦ୍ୟ ସାମଗ୍ରୀ ସେବନ ବର୍ଜିତ ।
ଗର୍ଭାବସ୍ଥା, (ଅନ୍ୟ ନାମ ପ୍ରେଗନାନ୍ସି ବା ଗ୍ରାଭିଡିଟି ବା ଜେସ୍ଟାସନ, ଇଂରାଜୀରେ ଯଥାକ୍ରମେ Pregnancy or gravidity or gestation) ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଅପତ୍ୟ (offspring) ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଗୋଟିଏ ସ୍ଵାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ଵାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ଵ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଭାରତୀୟ ଦଣ୍ଡ ସଂହିତାର ଧାରା ୪୯୭ରେ ବ୍ୟଭିଚାରର ପରିଭାଷା ତଥା ବ୍ୟଭିଚାର ନିମନ୍ତେ ଦଣ୍ଡ ବିଷୟରେ ଉଲ୍ଲେଖ ରହିଅଛି । ଏହି ପରିଭାଷା ଅନୁସାରେ ଜଣେ ପୁରୁଷ ଯଦି ଅନ୍ୟ ସ୍ତ୍ରୀସହ, ଯାହାକୁ ସେ ଅନ୍ୟର ବିବାହିତ ସ୍ତ୍ରୀ ବୋଲି ଜାଣେ, ଉକ୍ତ ପୁରୁଷର ସହମତି ବିନା ସେହି ସ୍ତ୍ରୀର ସହମତିରେ ଯୌନ ସମ୍ଭୋଗ କରେ ତାହା ଆଇନଗତ ଭାବେ ବ୍ୟଭିଚାର ଅପରାଧର ଅନ୍ତର୍ଭୁକ୍ତ ଅଟେ । ବ୍ୟଭିଚାର ଅଭିଯୁକ୍ତ ପୁରୁଷ ପାଇଁ ଦଣ୍ଡର ପ୍ରାବଧାନ ଥିଲେ ବି ବ୍ୟଭିଚାରୀ ସ୍ତ୍ରୀ ପାଇଁ ଦଣ୍ଡର ବ୍ୟବସ୍ଥା ଭାରତୀୟ ଆଇନରେ ନାହିଁ । ତେବେ ହିନ୍ଦୁ ବିବାହ ଅଧିନିୟମ, ୧୯୫୫ର ପ୍ରବଧାନ ଅନୁସାରେ ବ୍ୟଭିଚାର ଭଳି ଅପରାଧରେ ଲିପ୍ତ ଥିବା କାରଣରୁ ପତି କିମ୍ବା ପତ୍ନୀ ନିଜର ଜୀବନ ସାଥୀ ବିରୁଦ୍ଧରେ ବିବାହ ବିଚ୍ଛେଦ ପାଇଁ ମକଦ୍ଦମା କରିପାରିବେ ।
ଭାଷା ହେଉଛି ଯୋଗାଯୋଗର ଜଟିଳ ପ୍ରଣାଳୀକୁ ଶିଖିବା ଓ ବ୍ୟବହାର କରିବା ପାଇଁ ଥିବା ମନୁଷ୍ୟର ସାମର୍ଥ୍ୟ ଏବଂ ଗୋଟିଏ ଭାଷା ହେଉଛି ଏହି ଜଟିଳ ଯୋଗାଯୋଗ ପ୍ରଣାଳୀର ଏକ ଉଦାହରଣ । ପୃଥିବୀରେ ସର୍ବମୋଟ କେତେ ଭାଷା ଅଛି ଏକଥା ସଠିକ ଭାବେ କହିବା ସମ୍ଭବ ନୁହେଁ ଏବଂ ଏହି ସଂଖ୍ୟା ଭାଷା (language) ଓ ଲୋକଭାଷା (dialects) ମଧ୍ୟରେ ସୂକ୍ଷ୍ମ ପ୍ରଭେଦ ଉପରେ ନିର୍ଭର କରେ । ତଥାପି ଆକଳନ କରାଯାଇଛି ଯେ ଏହି ସଂଖ୍ୟା ୬୦୦୦ରୁ ୭୦୦୦ ହେବ ।
ବୈଶାଖ ଶୁକ୍ଳ ତୃତୀୟା ଦିନଟି ଅକ୍ଷୟ ତୃତୀୟା ଭାବେ ପରିଚିତ । ଏହି ଦିନକୁ ଔପଚାରିକ ଭାବେ ସରକାରୀ ସ୍ତରରେ କୃଷକ ଦିବସ ରୂପେ ପାଳନ କରାଯାଏ । କୃଷକମାନେ ଏହାକୁ ବଡ଼ ଶୁଦ୍ଧି ଓ ସିଦ୍ଧିର ଦିବସ ଭାବେ ପାଳନ କରିଥାନ୍ତି । କୃଷକ ଏହିଦିନ ଅମୃତ ବେଳାରେ ଅକ୍ଷିମୁଠି (ଅକ୍ଷୟମୁଠି) ଅନୁକୂଳ କରି କୃଷିକାର୍ଯ୍ୟର ଶୁଭାରମ୍ଭ କରିଥାଏ । ଶୁଭଦିନ ଭାବେ ମନେକରି ଏହିଦିନ ଗୃହନିର୍ମାଣ, ନିର୍ବନ୍ଧ, ବିବାହ, ଉପନୟନ ପ୍ରଭୃତି ଶୁଭକର୍ମ ଅନୁଷ୍ଠିତ ହୁଏ । ଚାଷୀ ନିଜ ସ୍ତ୍ରୀଠାରୁ ହଳଦୀ, ଚନ୍ଦନ, ସିନ୍ଦୂର ବୋଳା ଧାନ ବିହନପୂର୍ଣ୍ଣ ନୂଆ ଗଉଣିକୁ ଶଙ୍ଖ ହୁଳହୁଳି ମଧ୍ୟରେ ମୁଣ୍ଡରେ ଥୋଇ ଏବଂ ଅନ୍ୟ ଏକ ନୂତନ ଟୋକେଇରେ ପିଠା ନେଇ ହଳଲଙ୍ଗଳ ଧରି କ୍ଷେତକୁ ଯାଏ । ସେଠାରେ ଲକ୍ଷ୍ମୀ ଠାକୁରାଣୀଙ୍କୁ ଭୋଗଦେଇ ଉକ୍ତ ନୈବେଦ୍ୟ କିଆରୀର ଈଶାଣ କୋଣରେ ପୋତି ହଳ ବୁଲାଏ ଓ ମୁଠାମୁଠା ବିହନ କିଆରୀରେ ବୁଣେ । ଏହାକୁ ଅକ୍ଷିମୁଠି କହନ୍ତି । ସଧବା ସ୍ତ୍ରୀମାନେ ଏ ଦିନ ‘ଷଠିଦେବୀ’ଙ୍କ ପୂଜା କରନ୍ତି ।
ଇନ୍ଦିରା ପ୍ରିୟଦର୍ଶିନୀ ଗାନ୍ଧୀ, ଭାରତର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଥିଲେ । ପ୍ରଧାନମନ୍ତ୍ରୀ ଭାବେ ୧୯୬୬ରୁ ୧୯୭୭ ଯାଏଁ ଏବଂ ପରେ ୧୯୮୦ରୁ ୧୯୮୪ (ଇନ୍ଦିରା ଗାନ୍ଧୀଙ୍କ ହତ୍ୟା) ପର୍ଯ୍ୟନ୍ତ ସର୍ବାଧିକ ଦିନ ଦେଶର ସେବା କରିବାରେ ସେ ହେଉଛନ୍ତି ଦ୍ଵିତୀୟ ଭାରତୀୟ ପ୍ରଧାନମନ୍ତ୍ରୀ । ଇନ୍ଦିରା ଗାନ୍ଧୀ ଭାରତର ପ୍ରଥମ ପ୍ରଧାନ ମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ଏକମାତ୍ର ସନ୍ତାନ । ୧୯୫୯ ମସିହାରେ ଭାରତୀୟ ଜାତୀୟ କଂଗ୍ରେସର ସଭାପତି ଭାବେ ନିର୍ବାଚିତ ହୋଇ ସେ ତାଙ୍କର ରାଜନୈତିକ ଜୀବନ ଆରମ୍ଭ କରିଥିଲେ । ୧୯୬୪ରେ ପିତାଙ୍କ ମୃତ୍ୟୁ ପରେ ପ୍ରଧାନ ମନ୍ତ୍ରୀ ପଦପାଇଁ ଦୌଡରେ ସାମିଲ ହେବାକୁ ମନାକରି ଲାଲ ବାହାଦୁର ଶାସ୍ତ୍ରୀଙ୍କ ମନ୍ତ୍ରୀମଣ୍ଡଳରେ ଜଣେ କ୍ୟାବିନେଟ ମନ୍ତ୍ରୀଭାବେ ଯୋଗ ଦେଇଥିଲେ । ଶାସ୍ତ୍ରୀଙ୍କ ମୃତ୍ୟୁପରେ, ୧୯୬୬ରେ ଅନୁଷ୍ଠିତ ସାଧାରଣ ନିର୍ବାଚନରେ ସେ ତାଙ୍କ ବିରୋଧୀ ପ୍ରାର୍ଥୀ ମୋରାରଜୀ ଦେଶାଇଙ୍କୁ ପରାସ୍ତ କରି ଭାରତର ପ୍ରଧାନ ମନ୍ତ୍ରୀ ଭାବେ ନିର୍ବାଚିତ ହେଲେ ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନ ଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବ ଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ଵଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.