ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ଵର ବିଭିନ୍ନ ସ୍ଥାନରୁ ସ୍ଵେଚ୍ଛାସେବକ ମାନଙ୍କ ଅବଦାନଦ୍ଵାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ଵର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ବରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ଵାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ବାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ଵର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
କର୍କଟ ରୋଗ ଏକ ପ୍ରକାର ଦୃତ ବୃଦ୍ଧି ସମ୍ପନ୍ନ ଅର୍ବୁଦ (ଇଂରାଜୀରେ Malignant tumour) ରୋଗ ଯେଉଁଥିରେ ଜୀବକୋଷମାନଙ୍କର ଅସ୍ଵଭାବିକ ଭାବରେ ଦୃତ ଗତିରେ ବୃଦ୍ଧି ପାଇଥାଏ ଏବଂ କେତେକ କ୍ଷେତ୍ରରେ ଶରୀରର ରୋଗଗ୍ରସ୍ତ ସ୍ଥାନରୁ ପାର୍ଶ୍ଵବର୍ତ୍ତୀ ସ୍ଥାନ ବା ଦୂରବର୍ତ୍ତୀ ସ୍ଥାନକୁ ରୋଗଗ୍ରସ୍ତ କୋଷଗୁଡ଼ିକ ସ୍ଥାନାନ୍ତରିତ ହେବାର ସମ୍ଭାବନା ଥାଏ । ସମସ୍ତ ଅର୍ବୁଦ କର୍କଟ ନୁହେଁ; ମୃଦୁ ଅର୍ବୁଦ (Benign tumour) ରୋଗ ଅଛି ଯାହା ଅନ୍ୟ ସ୍ଥାନକୁ ମାଡ଼ିଯାଏ ନାହିଁ । ପ୍ରଥମରୁ କୌଣସି ଆବୁ ଅନିୟନ୍ତ୍ରିତ ଭାବେ ବୃଦ୍ଧି ହୋଇନଥାଏ କିମ୍ବା ଅନ୍ୟ ପାଖାପାଖି କୋଷମାନଙ୍କୁ ଆକ୍ରାନ୍ତ କରିନଥାଏ । ସମ୍ଭାବ୍ୟ ଲକ୍ଷଣ ଓ ଚିହ୍ନ ମଧ୍ୟରେ ନୂଆ ଆବୁ (Lump), ଅସାଧାରଣ ରକ୍ତସ୍ରାବ, ଲମ୍ବା ସମୟ ଧରି କାଶ, ଅକାରଣ ଓଜନ ହ୍ରାସ ଓ ଖାଦ୍ୟନଳୀ ଚଳନର ପରିବର୍ତ୍ତନ ଦେଖାଯାଏ । ଏହି ସମସ୍ତ ଲକ୍ଷଣ କର୍କଟରେ ଥିଲେ ମଧ୍ୟ ଅନ୍ୟ କାରଣ ଯୋଗୁ ଦେଖାଯାଇପାରେ । ୧୦୦ରୁ ଅଧିକ ପ୍ରକାରର କର୍କଟ ମନୁଷ୍ୟକୁ ଆକ୍ରମଣ କରିପାଏ । କର୍କଟ ରୋଗ ଅନିୟନ୍ତ୍ରିତ ଭାବେ କୋଷ ବୃଦ୍ଧି କରିଥାଏ ଏବଂ ଶରୀରରେ କ୍ଷତିକାରକ ଆବୁ (Tumor) ସୃଷ୍ଟି କରିଥାଏ ।
ସାଇବେରିଆ (ରୂସୀ: Сибирь, ଶିବିର) ଏକ ବିଶାଳ ଏବଂ ବିସ୍ତୃତ ଭୂକ୍ଷେତ୍ର ଅଟେ ଯେଉଁଥିରେ ପାଖାପାଖି ଉତ୍ତର ଏସିଆ ସମାୟିତ ହୋଇଛି । ଏହା ରୂସର ମଧ୍ୟ ଏବଂ ପୁର୍ବ ଭାଗରେ ରହିଛି । ସନ ୧୯୯୧ ପର୍ଯ୍ୟନ୍ତ ଏହା ସୋବିୟତ ସଂଘର ଭାଗ ହେଉଥିଲା । ସାଇବେରିଆର କ୍ଷେତ୍ରଫଳ ୧୩୧ ଲକ୍ଷ ବର୍ଗ କିମି ଅଟେ । ତୁଳନା ପାଇଁ ସମଗ୍ର ଭାରତର କ୍ଷେତ୍ରଫଳ ୩୨.୮ ଲକ୍ଷ ବର୍ଗ କିମି ଅଟେ , ମାନେ ସାଇବେରିଆ ଭାରତର ପାଖାପାଖି ୪ ଗୁଣ ଅଟେ । ଏହା ପରେ ମଧ୍ୟ ସାଇବେରିଆର ପାଣିପାଗ ଏବଂ ଭୂସ୍ଥିତି ଏତେ ଶକ୍ତ କି ଏଠାରେ କେବଳ ୪ କୋଟି ଲୋକ ବାସ କରନ୍ତି , ଯିଏ ୨୦୧୧ ମସିହାରେ କେବଳ ଓଡ଼ିଶା ରାଜ୍ୟର ଆବାଦି ଥିଲେ ।
ସର୍ଦ୍ଦାର ବଲ୍ଲଭଭାଇ ପଟେଲ(୩୧ ଅକ୍ଟୋବର ୧୮୭୫-୧୫ ଡିସେମ୍ବର ୧୯୫୦) ଜଣେ ଭାରତୀୟ ଓକିଲ ଥିଲେ ଯିଏକି ଭାରତୀୟ ଜାତୀୟ କଂଗ୍ରେସର ସଭ୍ୟ ଥିଲେ । ସେ ଜଣେ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଭାରତର ସ୍ୱାଧିନତା ସଂଗ୍ରାମରେ ତାଙ୍କ ଭୁମିକା ଗୁରୁତ୍ୱାପୁର୍ଣ ଥିଲା । ସ୍ୱାଧୀନ ଭାରତର ସେ ପ୍ରଥମ ଉପ-ପ୍ରଧାନମନ୍ତ୍ରୀ ଥିଲେ । ସ୍ୱାଧୀନତା ସମୟରେ ବିନା ରକ୍ତପାତରେ ଭାରତର ପ୍ରାୟ ସମସ୍ତ ରାଜ୍ୟଗୁଡ଼ିକୁ ଏକାଠି କରିବା, ତାଙ୍କର ଦକ୍ଷତାର ପ୍ରମାଣ ଦିଏ । ତାଙ୍କର ଏହି ବଳିଷ୍ଠ ଅବଦାନ ନିମିତ୍ତ ତାଙ୍କୁ "ଲୌହ ମାନବ "ର ଉପାଧି ମିଳିଥିଲା । ତାଙ୍କର ସ୍ମୃତିରେ ୨୦୧୪ ମସିହାରୁ ପ୍ରତିବର୍ଷ ତାଙ୍କର ଜନ୍ମତିଥି ୩୧ ଅକ୍ଟୋବରକୁ ରାଷ୍ଟ୍ରୀୟ ଏକତା ଦିବସ ରୂପେ ପାଳନ ହୋଇ ଆସୁଅଛି । ୩୧ ଅକ୍ଟୋବର ୨୦୧୮ ତାରିଖରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କଦ୍ୱାରା ଦେଶବାସୀଙ୍କ ଉଦ୍ଦେଶ୍ୟରେ ପଟେଲଜିଙ୍କର ଏକ ୧୮୨ ମିଟର ପ୍ରତିମୂର୍ତ୍ତି ଉଦଘାଟନ କରିଥିଲେ । ଏହାକୁ ଏକତାର ପ୍ରତିମୂର୍ତ୍ତି ଭାବରେ ସମ୍ବୋଧନ କରାଯାଉଛି । ଏହା ଉଦଘାଟନ ସମୟରେ ବିଶ୍ୱର ସର୍ବୋଚ୍ଚ ପ୍ରତିମୂର୍ତ୍ତି ଥିଲା ।
କଣିକା ପଦାର୍ଥ ବିଜ୍ଞାନ (ଇଂରାଜୀ: 'Particle physics'), ପଦାର୍ଥ ବିଜ୍ଞାନର ଏକ ଶାଖା ଅଟେ । ଏଥିରେ ବସ୍ତୁ (matter) ଓ ବିକିରଣ (radiation)କୁ ସଂଗଠିତ କରୁଥିବା କଣିକା ଗୁଡ଼ିକର ପ୍ରକୃତି ଉପରେ ଅଧ୍ୟୟନ କରାଯାଏ । In current understanding, particles are excitations of quantum fields and interact following their dynamics. Although the word "particle" can be used in reference to many objects (e.g. a proton, a gas particle, or even household dust), the term "particle physics" usually refers to the study of "smallest" particles and the fundamental fields that must be defined in order to explain the observed particles.
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ବିନାଇନ ପ୍ରୋସ୍ଟାଟିକ ହାଇପରପ୍ଲାସିଆ
ବିନାଇନ ପ୍ରୋସ୍ଟାଟିକ ହାଇପରପ୍ଲାସିଆ (ଇଂରାଜୀ ଭାଷାରେ Benign prostatic hyperplasia/ BPH, ଅନ୍ୟ ନାମ prostate enlargement) ନାମ ଦିଆଯାଏ ଯେତେବେଳେ ପ୍ରୋସ୍ଟେଟର (prostate) ଆକାର ବଢ଼ିଯାଏ ଓ ଯାହା କର୍କଟ ରୋଗ ନୁହେଁ । ଏହି ରୋଗ ହେଲେ ବାରମ୍ବାର ମୂତ୍ରତ୍ୟାଗ, ପରିସ୍ରା ଆରମ୍ଭ କରିବାରେ କଷ୍ଟ, ସ୍ୱଳ୍ପ ପରିସ୍ରା ଧାର, ଅସମ୍ପୁର୍ଣ୍ଣ ମୂତ୍ରତ୍ୟାଗ (inability to urinate), ଅନିୟନ୍ତ୍ରିତ ମୂତ୍ରାଶୟ (loss of bladder control) ଇତ୍ୟାଦି ଲକ୍ଷଣ ଦେଖାଯାଏ । ରୋଗ ଜଟିଳ ହେଲେ ମୂତ୍ରାଙ୍ଗ ସଂକ୍ରମଣs, ମୂତ୍ରାଶୟ ପଥର (bladder stones), କ୍ରନିକ ବୃକ୍କ ସମସ୍ୟା (chronic kidney problems) ଇତ୍ୟାଦି ସମସ୍ୟା ସୃଷ୍ଟି ହୁଏ ।ଏହି ରୋଗର କାରଣ ଅଦ୍ୟାବଧି ଅସ୍ପଷ୍ଟ ଅଛି । ସଙ୍କଟ କାରକମାନ ଯଥାକ୍ରମେ ପାରିବାରିକ ଇତିହାସ, ମୋଟାପଣ, ଟାଇପ୨ ମଧୁମେହ (type 2 diabetes), ବ୍ୟାୟାମ ଅଭାବ, ଇରେକ୍ଟାଇଲ ଡିସଫଙ୍କସନ (erectile dysfunction) ହୋଇପାରେ । ସୁଡୋଏଫିଡ୍ରିନ (pseudoephedrine), ଆଣ୍ଟିକଲିନର୍ଜିକ (anticholinergics), ଓ କ୍ୟାଲସିଅମ ଚାନେଲ ବ୍ଲକର (calcium channel blockers) ଆଦି ଔଷଧ ଦେଲେ ଲକ୍ଷଣମାନଙ୍କର ଆହୁରି ଅବନତି ହୁଏ । ପ୍ରୋସ୍ଟେଟ ଆକାର ବୃଦ୍ଧି ହେବାରୁ ମୂତ୍ରନଳୀ (urethra) ଉପରେ ଚାପ ପଡ଼େ ଓ ମୂତ୍ରାଶୟରୁ (bladder) ମୂତ୍ର ତ୍ୟାଗ କରିବାରେ ବାଧା ହୁଏ । ଲକ୍ଷଣ ଓ ଶାରୀରିକ ପରୀକ୍ଷା (examination) କରି ରୋଗ ସନ୍ଦେହ କରିବା ପରେ ଅନ୍ୟ ସମସ୍ତ ସମ୍ଭାବ୍ୟ କାରଣ ଖାରଜ କରି ନିର୍ଣ୍ଣୟ କରାଯାଏ ।ଜୀବନଚର୍ଯ୍ୟା ପରିବର୍ତ୍ତନ, ଔଷଧ, ଅପରେଶନ ଓ କେତେକ ଉପଚାର ଦେଇ ଏହି ରୋଗର ଚିକିତ୍ସା କରାଯାଏ । ସ୍ୱଳ୍ପ ଲକ୍ଷଣ ଥିଲେ ଓଜନ ହ୍ରାସ, ବ୍ୟାୟାମ ଓ ଅଳ୍ପ କେଫିନ caffeine ଖାଇବାକୁ ଉପଦେଶ ଦିଆଯାଏ । ଲକ୍ଷଣ ଅଧିକ ଥିଲେ ଆଲଫା ବ୍ଲକର (Alpha blockers) ଯେପରିକି ଟେରାଜୋସିନ (terazosin) ଓ ୫ଆଲଫା-ରିଡକ୍ଟେଜ ଇନହିବିଟର (5α-reductase inhibitors) ଯେପରିକି ଫିନାସ୍ଟେରାଇଡ (finasteride) ଔଷଧ ଦିଆଯାଏ । ଏହି ଉପଚାର ସତ୍ୱେ ଉପଶମ ନହେଲେ ଅପରେଶନ କରାଯାଏ । ସାରା ପୃଥିବୀରେ ପ୍ରାୟ ୧୦୫ ନିୟୁତ ଲୋକ ଏହି ରୋଗର ଶିକାର ହୁଅନ୍ତି । ଚାଳିଶ ବର୍ଷ ବୟସ ପରେ ଏ ରୋଗ ଆରମ୍ଭ ହୁଏ । ଅର୍ଦ୍ଧେକ ରୋଗୀ ୫୦ ବର୍ଷ ବୟସ ପରେ ଆକ୍ରାନ୍ତ ହୁଅନ୍ତି । ଅଶୀ ବର୍ଷ ପରେ ପ୍ରାୟ ୯୦% ଲୋକ ଆକ୍ରାନ୍ତ ହୁଅନ୍ତି । ପ୍ରୋସ୍ଟେଟ ସ୍ପେସିଫିକ ଆଣ୍ଟିଜେନ (prostate specific antigen) ବୃଦ୍ଧି ହୋଇଥିଲେ ମଧ୍ୟ ପ୍ରୋସ୍ଟେଟ କର୍କଟ ସଙ୍କଟ ନଥାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ନଦୀ ହେଉଛି ଏକ ସ୍ଵତ ପ୍ରବାହିତ ଜଳବାହକ ,ଯେଉଁଥିରେ ସାଧାରଣତଃ ମିଠାଜଳ, ସମୁଦ୍ର କିମ୍ବା ଆଉ ଏକ ନଦୀରେ ଯାଇ ମିଶିଥାଏ ।ବେଳେ ବେଳେ ନଦୀ ଭୂମି ଭିତରେ ପ୍ରବାହିତ ହୋଇ ବସି ଯାଇଥାଏ । ନଦୀର କୌଣସି ପ୍ରକୃତ ସଂଜ୍ଞା ନଥାଏ । ଭୌଗଳିକ ଅବସ୍ଥିତି ନେଇ ଛୋଟ ଛୋଟ ନଦୀର ନାମ କାରଣ କର ଯାଇଥାଏ । ଉଦାହରଣ ସ୍ୱରୂପ ରନ ଆମେରିକାରେ , ବର୍ନ ସ୍କଟଲାଣ୍ଡରେ,ବେକ ଉତ୍ତର ଇଂଲଣ୍ଡଠାରେ । ନଦୀ ଜଳଚକ୍ରର ଏକ ଅଂଶ ଅଟେ ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଆଜାଦ ଉନ୍ଜମ୍ ପ୍ରସୂନ (ଜନ୍ମ: ଜୁଲାଇ ୨୭, ୧୯୯୪(1994-07-27); ଜନ୍ମସ୍ଥାନ: ମାଇଁମେନ୍ସିଂହ, ବଙ୍ଗଳାଦେଶ) ଜଣେ ବଙ୍ଗଳାଦେଶୀ ମଡେଲ, ଅଭିନେତ୍ରୀ, ନିର୍ଦ୍ଦେଶିକା ଏବଂ ପ୍ରଯୋଜିକା । ଆଜାଦ ୨୦୧୨ ମସିହାରେ ତାଙ୍କର ପେଶା ଆରମ୍ଭ କରିଥିଲେ । ସେ ଲକ୍ସ ଚେନାଲ ଆଇ ସୁପରଷ୍ଟାର ପ୍ରତିଯୋଗୀତାରେ ଜଣେ ମଡେଲ ଭାବରେ ଯୋଗଦେଇଥିଲେ ଏବଂ ୨ୟ ସ୍ଥାନରେ ରହି ଫାର୍ଷ୍ଟ ରନର୍ଅପ୍ ହୋଇଥିଲେ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ଵବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ଵବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ଵାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଅଖିଳ ମୋହନ ପଟ୍ଟନାୟକ ଜଣେ ଜଣାଶୁଣା ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ମଧ୍ୟ ଏସିଆ ଏସିଆ ମହାଦ୍ବୀପର ମଧ୍ୟ ଭାଗ ଅଟେ । ଏହାର ପୂର୍ବରେ "ଚୀନ"ରୁ ପଶ୍ଚିମରେ "କୌସ୍ପିୟନ ସାଗର" ପର୍ଯ୍ୟନ୍ତ, ଏବଂ ଉତ୍ତରରେ "ୠସ"ରୁ ଦକ୍ଷିଣରେ "ଆଫଗାନିସ୍ତାନ" ପର୍ଯ୍ୟନ୍ତ ବିସ୍ତୃତ ଅଟେ । ଭୂବୈଜ୍ଞାନିକ ମାନଙ୍କଦ୍ୱାରା ମଧ୍ୟ ଏସିଆର ସମସ୍ତ ପରିଭାଷାରେ ଭୂତପୂର୍ବ ସୋବିୟତ ସଂଘର ପାଞ୍ଚଟି ଦେଶ ସର୍ବଦା ଗଣା ଯାଏ :- କାଜାଖସ୍ତାନ , କିରଗୀଜସ୍ତାନ , ତାଜିକିସ୍ତାନ , ତୁର୍କମେନିସ୍ତାନ , ଉଜବେକୀସ୍ତାନ । ଏହା ଛଡ଼ା ମଙ୍ଗୋଲିୟା , ଆଫଗାନିସ୍ତାନ , ଉତ୍ତର ପାକିସ୍ତାନ , ଭାରତର ଲଦାଖ ପ୍ରଦେଶ , ଚୀନର ଶିନଜିୟଙ୍ଗ , ତିବ୍ବତ କ୍ଷେତ୍ର ଏବଂ ୠସର ସାଇବେରିୟ କ୍ଷେତ୍ରର ଦକ୍ଷିଣ ଭାଗକୁ ମଧ୍ୟ ପ୍ରାୟତଃ ମଧ୍ୟ ଏସିଆର ଅଂଶ ବୋଲି ବୁଝାଯାଏ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ଵରୂପରାଣୀ ଥିଲା । ସେ ସ୍ଵାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ବାଲିଯାତ୍ରା (ଡ଼ଙ୍ଗାଭସା ବା ବୋଇତ ବନ୍ଦାଣ ନାମରେ ମଧ୍ୟ ଜଣା)ଏକ ଓଡ଼ିଆ ପର୍ବ । ବାଲିଯାତ୍ରା ଓଡ଼ିଶାର ଗୌରବପୂର୍ଣ୍ଣ ଐତିହ୍ୟର ଯାତ୍ରା । ବାଲିଯାତ୍ରା ଏପରି ଏକ ଗଣମହୋତ୍ସବ ଯାହା ଓଡ୍ର, କଳିଙ୍ଗ, ଉତ୍କଳ, ତୋଷାଳୀ, କଙ୍ଗୋଦ ଓ କୋଶଳର ସମନ୍ଵୟଭିତ୍ତିକ ଯାତ୍ରା । ଆଧୁନିକ ଓଡ଼ିଶା ଉପରୋକ୍ତ ରାଷ୍ଟ୍ରଗୁଡିକର ପରିବର୍ତ୍ତିତ ରୂପ । ଏହି ଯାତ୍ରା (ଅକ୍ଟୋବର-ନଭେମ୍ବର) କାର୍ତ୍ତିକ ମାସର ପୂର୍ଣ୍ଣିମା ଠାରୁ ଆରମ୍ଭ ହୋଇଥାଏ । ଆଗ କାଳରେ ସାଧବପୁଅମାନେ ନିଜ ବୋଇତରେ ଜାଭା, ବାଲି, ସୁମାତ୍ରା,ବୋର୍ଣ୍ଣିଓ (ଏବେକାର ଇଣ୍ଡୋନେସିଆ) ଆଦି ସ୍ଥାନକୁ ବେପାର ବଣିଜ କରିବାକୁ ଯାଉଥିଲେ ଯାହାର ସ୍ମୃତିରେ ଉପକୂଳ ଅଞ୍ଚଳମାନଙ୍କରେ ବାଲିଯାତ୍ରାର ଆୟୋଜନ କରାଯାଇଥାଏ ।ଓଡ଼ିଶାର କଟକ ସହରରେ ବୋଇତ ବନ୍ଦାଣ ବା ବାଲିଯାତ୍ରାର ମହାସମାଗମ ହୋଇଥାଏ । କାର୍ତ୍ତିକ ପୂର୍ଣ୍ଣିମା ଦିନ ଓଡ଼ିଆମାନେ ଆକାମାବୈ ଗୀତ ବୋଲି ଡଙ୍ଗା ଭସାଇଥାନ୍ତି ଓ ଓଡ଼ିଶାର ଏହି ଅତୀତର ଇତିହାସକୁ ମନେପକାଇଥାନ୍ତି । ଏହି ସମୟକୁ ସାଧବମାନେ ବେପାର-ବଣିଜ ପାଇଁ ପ୍ରକୃଷ୍ଟ ସମୟ ଭାବୁଥିଲେ କାରଣ ପବନର ଗତି ସେମାନଙ୍କ ଯାତ୍ରାକୁ ସହଜ କରୁଥିଲା । କଟକଠାରେ ବାଲିଯାତ୍ରା ପ୍ରତି ବର୍ଷ ଗଡ଼ଗଡ଼ିଆ ଘାଟ ଓ ବାରବାଟି ଦୁର୍ଗ ନିକଟରେ ଅନୁଷ୍ଠିତ ହୋଇଥାଏ। ଏଠାକୁ ଓଡ଼ିଶା ଓ ଦେଶର ବିଭିନ୍ନ ପ୍ରାନ୍ତରୁ ଅନେକ ବ୍ୟବସାୟୀ ଆସିଥାନ୍ତି । ଦେଶର ବିଭିନ୍ନ ପ୍ରାନ୍ତର ହସ୍ତ-ଶିଳ୍ପ ଦେଖିବାକୁ ମିଳିଥାଏ । ବାଲିଯାତ୍ରାରେ କଟକ ପ୍ରସିଦ୍ଧ ଦହିବରା-ଆଳୁଦମ ଓ ଠୁଙ୍କାପୁରି ଇତ୍ୟାଦି ଖାଦ୍ୟ ବହୁସ୍ଥାନରେ ବିକ୍ରିହୁଏ |
କାର୍ତ୍ତିକ ପୂର୍ଣ୍ଣମା, ରାସ ବା ରାସ ପୂର୍ଣ୍ଣିମା ନାମରେ ମଧ୍ୟ ପରିଚିତ । ଓଡ଼ିଶାର ଆଚାର ବିଚାର, ଚାଲିଚଳଣି ତଥା ଧର୍ମୀୟ ଭାବନା ସହିତ ଏହି ପର୍ବ ଓତପ୍ରୋତ ଭାବେ ଜଡ଼ିତ । ଗୌରବମୟ ଉତ୍କଳର ପ୍ରାଚୀନ ଇତିହାସ ସହିତ ଏହା ଏତେ ନିବିଡ଼ ଭାବରେ ସଂପୃକ୍ତ ଯେ ଏହି ଦିବସର ଗୁରୁତ୍ଵକୁ ବାଦ ଦେଲେ ଖ୍ରୀଷ୍ଟପୂର୍ବୀୟ କାଳରେ ଓଡ଼ିଶାରେ ନୌବାଣିଜ୍ୟ ସମ୍ପର୍କରେ ଚିନ୍ତା ବି କରାଯାଇ ପାରେ ନାହିଁ । ଅତଏବ ଧର୍ମଗତ ତଥା ଐତିହାସିକ ଉଭୟ ଦୃଷ୍ଟିକୋଣରୁ ଏହାର ମୂଲ୍ୟବୋଧ ଅତୀବ ବୈଶିଷ୍ଟ୍ୟ ପରିପୂର୍ଣ୍ଣ ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି ।
ଅନ୍ନପୂର୍ଣ୍ଣା ମହାରଣା (୧୯୧୭-୨୦୧୨) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ ଥିଲେ । ସେ ୧୯୧୭ ମସିହା ନଭେମ୍ବର ୩ ତାରିଖରେ କଟକର ବାଖରାବାଦଠାରେ ଜନ୍ମଗ୍ରହଣ କରିଥିଲେ । ସ୍ଵାଧୀନତା ସଂଗ୍ରାମୀ ବାପା ଗୋପବନ୍ଧୁ ଚୌଧୁରୀ ଓ ମା' ରମାଦେବୀ ଚୌଧୁରୀଙ୍କ ସଂଗ୍ରାମମୟ ଜୀବନର ଛିଟାପଡିଥିଲା ତାଙ୍କ ଉପରେ । ତାଙ୍କର ଶ୍ରଦ୍ଧାନାମ ଥିଲା "ଚୁନୁ" । ତେଣୁ ପରବର୍ତ୍ତୀ ସମୟରେ ସେ "ଚୁନୁଅପା" ନାମରେ ବେଶୀ ପରିଚିତ ହେଲେ । ଗୋପବନ୍ଧୁଙ୍କ ସପରିବାର ଗାନ୍ଧୀ-ନୀତି ଗ୍ରହଣ କରିଥିବାରୁ, ଅନ୍ନପୂର୍ଣ୍ଣାଙ୍କ ଉପରେ ପିଲାଦିନରୁ ଏହାର ପ୍ରଭାବ ପଡ଼ିଥିଲା ଓ ଏହି ଆଦର୍ଶରେ ସେ ଆଜୀବନ ବଞ୍ଚିଥିଲେ । ଗୋପବନ୍ଧୁ ନିଜର ସନ୍ତାନଙ୍କୁ ସରକାରୀ ସ୍କୁଲରେ ପଢାଇବାକୁ ଇଚ୍ଛୁକ ନଥିବାରୁ, ଅନ୍ନପୂର୍ଣ୍ଣାଙ୍କ ଶିକ୍ଷା ଘର ମଧ୍ୟରେ ହୋଇଥିଲା ।
ବିଦ୍ୟୁତପ୍ରଭା ଦେବୀଙ୍କୁ, ଓଡ଼ିଆ ଭାଷାର ଶ୍ରେଷ୍ଠ ମହିଳା କବିମାନଙ୍କ ମଧ୍ୟରେ ପରିଗଣନା କରାଯାଏ । ନିଜ କାବ୍ୟ ସଙ୍କଳନ 'ସଞ୍ଚୟନ' ପାଇଁ, ସେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଲାଭ କରିଛନ୍ତି ।ରେଭେନ୍ସା ବାଳିକା ବିଦ୍ୟାଳୟରେ ମାତ୍ର ନବମ ଶ୍ରେଣୀ ଯାଏଁ ପଢିଥିବା ବିଦ୍ଯୁତପ୍ରଭା ଆପେ ଆପେ ଇଂରାଜୀ, ବଙ୍ଗଳା ଭାଷା,ବ୍ୟାକରଣ ତଥା କବିତା ରଚନାର ବିଭିନ୍ନ ବିଭବ ଶିକ୍ଷାକରିଥିଲେ । ନିଜ ପିତାଙ୍କ ବନ୍ଧୁ କୃଷ୍ଣଚନ୍ଦ୍ର କର, ରାଧାମୋହନ ଗଡ଼ନାୟକ ଓ ମାୟାଧର ମାନସିଂହ ଆଦିଙ୍କଦ୍ଵାରା ପ୍ରଭାବିତ ହୋଇ ୧୯୪୦ ମସିହାରୁ କବିତା ଲେଖିବା ଆରମ୍ଭ କରିଥିଲେ । ନିଜ ବଡ଼ ଭଉଣୀ ବାସନ୍ତି ଦେବୀଙ୍କ ସହ ମିଶି ୧୯୪୯ ମସିହାରେ 'ସବିତା' ନାମରେ ନିଜର ପ୍ରଥମ କାବ୍ୟ ସଙ୍କଳନ ପ୍ରକାଶ କରିଥିଲେ । ବିବାହ ପରେ, ତାଙ୍କ ସ୍ଵାମୀ ପଞ୍ଚାନନ ମହାନ୍ତି ତାଙ୍କୁ ଏ ଦିଗରେ ଉତ୍ସାହିତ କରିଥିଲେ ଏବଂ ତାଙ୍କର କବିତା ରଚନା ଅନବରତ ଚାଲିରହିଥିଲା । ୧୯୫୨ ମସିହାରେ ମାତୃତ୍ଵ ଲାଭ କରିବା ପରେ, ବିଦ୍ୟୁତପ୍ରଭା ଶିଶୁମାନଙ୍କ ପାଇଁ ଲେଖିବା ଆରମ୍ଭ କଲେ ଏବଂ ଖୁବ ଲୋକପ୍ରିୟ ହୋଇପାରିଥିଲେ ଓ ବହୁବାର ପୁରସ୍କୃତ ହୋଇଥିଲେ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ବଳିଆ କୁକୁର (ଭାରତରେ “ଢୋଲ୍” ଭାବେ ପରିଚିତ, ଜୀବ ବିଜ୍ଞାନ ନାମ Cuon Alpinus, ସମ୍ଵଲପୁରୀ ଭାଷାରେ କୋକବଲିଆ) ମଧ୍ୟ ଏସିଆ, ଦକ୍ଷିଣ ଏସିଆ ଓ ଦକ୍ଷିଣ-ପୂର୍ବ ଏସିଆରେ ଦେଖାଯାଉଥିବା ଏକ ଶ୍ଵାନ ଜାତୀୟ ପ୍ରାଣୀ । ବଳିଆ କୁକୁରକୁ ଭାରତର ଅନ୍ୟ ସ୍ଥାନ ମାନଙ୍କରେ ଲୋକେ ଢୋଲ୍, ଏସୀୟ ଜଙ୍ଗଲି କୁକୁର, ଭାରତୀୟ ଜଙ୍ଗଲି କୁକୁର, ହ୍ଵିସିଲ୍ ଶବ୍ଦକାରୀ କୁକୁର, ଲାଲ୍ କୁକୁର ଓ ପର୍ବତୀୟ ଗଧିଆ ମଧ୍ୟ କୁହନ୍ତି । ଜିନ୍ ଦୃଷ୍ଟିରୁ ଏହା ଶ୍ଵାନ ପ୍ରଜାତୀୟ ପ୍ରାଣୀଙ୍କ ନିକଟତମ, କିନ୍ତୁ ଏହାର ଖପୁରି ସମଜାତୀୟ ପ୍ରାଣୀଙ୍କ ଭଳି ଅବତଳ ନହୋଇ ସାମାନ୍ୟ ଉତ୍ତଳ ହୋଇଥାଏ । ଏହି ଦୁଇ ପ୍ରଜାତିଙ୍କ ଥୋଡ଼ି ବା ମୁହଁର ଗଠନରେ ମଧ୍ୟ ତଫାତ ଥାଏ । ପ୍ଲାଇଷ୍ଟୋସିନ୍ ସମୟରେ ବଳିଆ କୁକୁର ଏସିଆ, ଇଉରୋପ ଏବଂ ଉତ୍ତର ଆମେରିକାରେ ବହୁ ପରିମାଣରେ ଚଳପ୍ରଚଳ କରୁଥିଲେ କିନ୍ତୁ ପ୍ରାୟ ୧୨,୦୦୦ରୁ ୧୮,୦୦୦ ବର୍ଷ ପୂର୍ବେ ସେମାନଙ୍କ ଭୌଗୋଳିକ ଅବସ୍ଥିତି କ୍ରମେ ସୀମିତ ହେବାକୁ ଲାଗିଲା ।
ଦଣ୍ଡନାଚ ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ । ଏହା ଗଞ୍ଜାମ ଜିଲ୍ଲାର ଏକ ଲୋକ ପର୍ବ। ଏହା ଗ୍ରାମାଞ୍ଚଳରେ ଏହା କାମନା ଦଣ୍ଡ ଭାବେ ପରିଚିତ। ଏହି ନୃତ୍ୟ ଧର୍ମିୟ ଧାରଣା ଏବଂ ଈଶ୍ଵର ବିଶ୍ଵାସ ଉପରେ ପ୍ରତିଷ୍ଠିତ । ନାଟକର ସୃଷ୍ଟି କେବେ ଓ କିଭଳି ହେଲା ତାହା ରହସ୍ୟମୟ । ତେବେ ଆଧୁନିକ ନାଟକ ସୃଷ୍ଟିର ବହୁ ପୂର୍ବରୁ ଲୋକନାଟକ ଗୁଡିକ ସୃଷ୍ଟି ହୋଇଥିବା ବିଷୟକୁ ଅସ୍ବୀକାର କରାଯାଇ ନପାରେ । କାରଣ ବେଦ, ଭରତମୁନିଙ୍କ ନାଟ୍ୟଶାସ୍ତ୍ର,ବୌଦ୍ଧ ନିକାୟ,ପାଣିନି,କୃଶାଶ୍ବ ଓ ବିଭିନ୍ନ ପୌରାଣିକ ଗ୍ରନ୍ଥରୁ ଲୋକନାଚକ ସମ୍ପର୍କରେ ସଂକେତ ମିଳିଥାଏ । ଲୋକନାଟକ ଗୁଡିକର ବର୍ହିଲକ୍ଷ ଓ ଅନ୍ତର୍ଲକ୍ଷ ହେଉଛି ଶିକ୍ଷା ପ୍ରଦାନ । ଜନଜୀବନର କାହାଣୀକୁ ବା ଲୋକବୃତ୍ତକୁ ବିଶ୍ବସ୍ତ ଭାବେ ଉପସ୍ଥାପିତ କରିବା ଲୋକନାଟକର ଅନ୍ୟ ଏକ ଲକ୍ଷ । ନାଟକ ହେଉଛି ଦୃଶ୍ୟକାବ୍ୟ ଓ କାବ୍ୟମାନଙ୍କ ମଧ୍ୟରେ ଶ୍ରେଷ୍ଠ । ନାଟକର ସ୍ରଷ୍ଟା ନାଟ୍ୟ ଶିଳ୍ପିର ମାୟାଜାଲ ବିସ୍ତାର କରି ଦର୍ଶକର ଚିତ୍ତ ବିନୋଦନ ସହିତ ସତ୍ୟ ,ଶିବ ଓ ମଙ୍ଗଳର ଜୟଗାନପାଇଁ ଆହ୍ବାନ ଦେଇଥାନ୍ତି ।
ଲକ୍ଷ୍ମଣ ନାୟକ (୨୨ ନଭେମ୍ବର ୧୮୯୯ - ୨୯ ମାର୍ଚ୍ଚ ୧୯୪୩) ଓଡ଼ିଶାର ଜଣେ ଅଗ୍ରଣି ସ୍ଵାଧୀନତା ସଂଗ୍ରାମୀ । ଆଦିବାସୀ ପାଇଁ ସେ ମାଲକାନାଗିରିର ଗାନ୍ଧି ଭାବେ ପ୍ରସିଦ୍ଧ ଥିଲେ । ଲକ୍ଷ୍ମଣ ନାୟକ ୧୮୯୯ ମସିହା ନଭେମ୍ବର ୨୨ ତାରିଖରେ କୋରାପୁଟ ଜିଲ୍ଲା (ବର୍ତ୍ତମାନର ମାଲକାନଗିରି ଜିଲ୍ଲା)ର ତେନ୍ତୁଲିଗୁମ୍ମା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଲକ୍ଷ୍ମଣ ଥିଲେ ଦ୍ୱିତୀୟ ସନ୍ତାନ, ବଡଭାଇ ସନିଆ ଓ ସାନଭାଇ ଧନ ଭୁମିୟା । ତାଙ୍କ ପିତା ପଦଲମ ନାୟକ ଜାତିରେ ବୀର ଭୁମିୟା ଓ ଚାଷ ଥିଲା ଜୀବିକା । ଗ୍ରାମବାସୀଙ୍କ ମନୋନୟନ ଅନୁଯାୟୀ ତାଙ୍କୁ କୋରାପୁଟ ରାଜା ତୃତୀୟ ବିକ୍ରମଦେବ (ରାଜଗାଦୀ ୧୮୮୯ରୁ ୧୯୨୦ ) ମୁସ୍ତାଦାର ବା ନାୟକ ପଦର ନିୟୁକ୍ତ କରିଥିଲେ । ଦାୟିତ୍ୱ ଥିଲା ତେନ୍ତୁଲିଗୁମା,ବେଜୁଣୀଗୁଡା,ଲେକିଗୁଡା, ଅଅଁଳାଗୁଡାର ଖଜଣା ଆଦାୟ ।
ଇଲିଆନା ସିତାରିଷ୍ଟ ଇଟାଲୀରେ ଜନ୍ମିତ ଓ ଭୁବନେଶ୍ୱରରେ ରହୁଥିବା ଜଣେ ଓଡ଼ିଶୀ ଏବଂ ଛଉ ନାଚ ନୃତ୍ୟଶିଳ୍ପୀ । ୧୯୯୫ ମସିହାରେ ମୃଣାଳ ସେନଙ୍କ ନିର୍ମିତ "ଯୁଗାନ୍ତ" ଚଳଚ୍ଚିତ୍ରରେ ତାଙ୍କୁ ଶ୍ରେଷ୍ଠ ନୃତ୍ୟ ନିର୍ଦ୍ଦେଶନା ପାଇଁ ୪୩ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ମିଳିଥିଲା । ଏହା ବ୍ୟତୀତ ୨୦୦୬ରେ ଓଡ଼ିଶୀ ନୃତ୍ୟକୁ ବିଶେଷ ଅବଦାନ ପାଇଁ ସେ ପଦ୍ମଶ୍ରୀ ଉପାଧୀରେ ସମ୍ମାନିତ ।
ନାରାୟଣ ସାହୁ (ଜନ୍ମ ୨୫ ନଭେମ୍ବର ୧୯୫୫) ଜଣେ ଓଡ଼ିଆ ଅଧ୍ୟାପକ ଓ ନାଟ୍ୟକାର । ଏଯାବତ ତାଙ୍କର ୨୦ରୁ ଉର୍ଦ୍ଧ ନାଟକ ପ୍ରକାଶିତ ହୋଇସାରିଛି । ସେ ଉତ୍କଳ ବିଶ୍ଵବିଦ୍ୟାଳୟରେ ସେ ଅଧ୍ୟାପନା କରିଛନ୍ତି । ତାଙ୍କର ନାଟକ ଆଶ୍ରା ଖୋଜି ବୁଲୁଥିବା ଇଶ୍ଵର ପାଇଁ ତାଙ୍କୁ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ଆକାଶବାଣୀ ନାଟ୍ୟକାର ପୁରସ୍କାର, ଝଙ୍କାର ନାଟକ ପୁରସ୍କାର ଓ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରରେ ସମ୍ମାନୀତ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।