ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଅଫସାନା ଆରା ବିନ୍ଦୁ (ଜନ୍ମ: ଜାନୁଆରୀ ୧୪, ୧୯୮୮(1988-01-14); ଜନ୍ମସ୍ଥାନ: ଢାକା, ବଙ୍ଗଳାଦେଶ) ଜଣେ ବଙ୍ଗଳାଦେଶୀ ମଡେଲ ଏବଂ ଅଭିନେତ୍ରୀ । ସେ ମୁଖ୍ୟତଃ ବଙ୍ଗଳାଦେଶୀ କଥାଚିତ୍ର ଏବଂ ଦୂରଦର୍ଶନ କାର୍ଯ୍ୟକ୍ରମରେ ଅଭିନୟ କରନ୍ତି । ୨୦୦୬ ମସିହାରେ ଅଫସାନା ଲକ୍ସ ଚେନାଲ ଆଇ ସୁପରଷ୍ଟାର କାର୍ଯ୍ୟକ୍ରମ ଜରିଆରେ ଜଣେ ମଡେଲ ଭାବରେ ତାଙ୍କର ପେଶା ଆରମ୍ଭ କରିଥିଲେ । ସେତେବେଳେ ସେ ଜାହାଙ୍ଗୀରନଗର ବିଶ୍ୱବିଦ୍ୟାଳୟରେ ବ୍ୟବସାୟ ପ୍ରବନ୍ଧ ଶାସ୍ତ୍ର ଅଧ୍ୟୟନ କରୁଥିଲେ । ବିନ୍ଦୁ ମଡେଲିଂରେ ଏହିଭଳି ଛୋଟ ଛୋଟ କାମ କରିବାପରେ ବିଭିନ୍ନ ପ୍ରତିଯୋଗୀତାମୂଳକ କାର୍ଯ୍ୟରେ କାମ କରିବା ଆରମ୍ଭ କରିଥିଲେ । ସେହି ବର୍ଷ ସେ ବଙ୍ଗଳାଦେଶ କଥାଚିତ୍ର ଜଗତରେ ଅଭିନୟ କରିବା ଆରମ୍ଭ କରିଥିଲେ । ନିର୍ଦ୍ଦେଶକ ତାଉକୀର ଅହମ୍ମଦଙ୍କ ନିର୍ଦ୍ଦେଶିତ କଥାଚିତ୍ର ଦାରୁଚିନି ଦୀପ ଜରିଆରେ ସେ ଅଭିନୟ ଜଗତରେ କାମ କରିବା ଆରମ୍ଭ କରିଥିଲେ, ଯେଉଁଥିରେ ସେ ଏକ ଛୋଟ ଭୂମିକାରେ ଅଭିନୟ କରିଥିଲେ । ମାତ୍ର ତାଙ୍କର ସେହି ଛୋଟ ଭୂମିକାଟିକୁ ସମୀକ୍ଷକମାନେ ଯୁକ୍ତାତ୍ମକ ଭାବରେ ଗ୍ରହଣ କରିଥିଲେ ଏବଂ ତାଙ୍କର ଅଭିନୟକୁ ଦର୍ଶନ ଅଧିକ ପସନ୍ଦ କରିଥିଲେ, ଯାହାକି ତାଙ୍କ ଆତ୍ମବିଶ୍ୱାସକୁ ଅଧିକ ଦୃଢ଼ କରିଥିଲା । ଏହାପରେ ସେ ଜାଗୋ ଓ ପିରିତେର୍ ଅଗୁନ୍ ଜୋଲେ ଦିଗୁନ କଥାଚିତ୍ରରେ ତାଙ୍କର ଅଭିନୟର ପାରଦର୍ଶିତା ଦେଖାଇଥିଲେ । ୨୦୧୫ ମସିହାରେ ମୁକ୍ତିଲାଭ କରିଥିବା ଶୋହେଲ ଅର୍ମାନଙ୍କର ନିର୍ଦ୍ଦେଶିତ ଚଳଚ୍ଚିତ୍ର ଏଇତ ପ୍ରେମରେ ଅଫସାନା ଅଭିନୟ କରିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣୀ ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ଭାରତ ଲୀଳା ଦକ୍ଷିଣ ଓଡ଼ିଶାର ଗଞ୍ଜାମ ଜିଲ୍ଲାର ଏକ ପ୍ରସିଦ୍ଧ ଲୋକନାଟକ ବା ଲୀଳାନାଟକ ଶୈଳୀ । ଏଥିରେ ମହାଭାରତ ଆଧାରିତ ପ୍ରସଙ୍ଗ ଅଭିନୀତ ହେଉଥିବାରୁ ଏହାକୁ ଭାରତ ଲୀଳା କୁହାଯାଏ । ଦୁଆରୀ ଚରିତ୍ରର ଗୁରୁତ୍ୱକୁ ନେଇ ଏହାକୁ ଦୁଆରୀ ନାଟ ବା ଦ୍ୱାରୀଲୀଳା କୁହାଯାଏ । ଏହାଛଡ଼ା ବିଷୟବସ୍ତୁ ଦୃଷ୍ଟିରୁ ଏହାକୁ ସୁଭଦ୍ରା ହରଣ ନାଟ ମଧ୍ୟ କୁହାଯାଏ । ଗଞ୍ଜାମରେ ଭାରତ ଲୀଳା ଯୋଗୁଁ ଉପକୂଳ ଓଡ଼ିଶାର ବହୁଳ ପ୍ରଚାରିତ ପାଲା ପ୍ରସାର ଲାଭ କରିପାରିନାହିଁ ବୋଲି କୁହାଯାଏ । ପଶ୍ଚିମ ଓଡ଼ିଶାର କେତେକ ଅଞ୍ଚଳରେ ଭାରତ ଲୀଲା ପରିବେଷଣ କରାଯାଇଥାଏ । ଜନପ୍ରିୟତା ଦୃଷ୍ଟିରୁ ଗଞ୍ଜାମରେ ପରିବେଷିତ ଭାରତ ଲୀଳାର ସମକକ୍ଷ ସେମାନେ ହୋଇପାରିନାହାନ୍ତି । ଭାରତ ଲୀଳାରେ ବ୍ୟବହୃତ ପାରମ୍ପରିକ ବାଦ୍ୟ, ଆଞ୍ଚଳିକ ଭାଷା, ଲୋକସଙ୍ଗୀତ ଓ କୌତୁକପ୍ରଦ ଅଭିନୟ ଯୋଗୁଁ ଏହା ବେଶ ଜନାଦୃତ ହୋଇପାରିଛି । ଭାରତ ଲୀଳାର ସମ୍ପୂର୍ଣ୍ଣ ପ୍ରଦର୍ଶନ ୧୦-୧୨ ଘଣ୍ଟା ଧରି ଅନୁଷ୍ଠିତ ହୁଏ । ବାଦି ପ୍ରତିଯୋଗିତାରେ ଅଧିକ ସମୟ ଲାଗିଥାଏ । ଆଜିକାଲି ଆଧୁନିକ ମଞ୍ଚପ୍ରଦର୍ଶନର ବନ୍ଧନ ଯୋଗୁଁ ଏହା ୨-୩ ଘଣ୍ଟା ଭିତରେ ମଧ୍ୟ ପରିବେଷଣ କରାଯାଉଛି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ଵର ବିଭିନ୍ନ ସ୍ଥାନରୁ ସ୍ଵେଚ୍ଛାସେବକ ମାନଙ୍କ ଅବଦାନଦ୍ଵାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ଵର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ବରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ଵାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ବାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ଵର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଭାରତୀୟ ମହାକାଶ ଗବେଷଣା ସଂସ୍ଥା ବା ଇସ୍ରୋ ହେଉଛି ଭାରତ ସରକାରଙ୍କ ପ୍ରମୁଖ ମହାକାଶ ପ୍ରାଧିକରଣ । ଏହା ପୃଥିବୀର ଛଅଟି ବଡ ସରକାରୀ ମହାକାଶ ପ୍ରାଧିକରଣ ମଧ୍ୟରୁ ଅନ୍ୟତମ ଯଥା: ଆମେରିକାର ନାସା (NASA), ଋଷିଆର RKA, ଇଉରୋପର ଇସା (ESA), ଚୀନର ସିନସଏ (CNSA) ଓ ଜାପାନର JAXA । ଏହି ସଂଗଠନର ମୂଳ ଉଦ୍ଦେଶ୍ୟ ହେଲା - ମହାକାଶ ତଥା ଗ୍ରହଜଗତ ସମ୍ବନ୍ଧରେ ତାତ୍ତ୍ୱିକ ଗବେଷଣା, ଅତ୍ୟାଧୁନିକ ମହାକାଶୀୟ ପ୍ରଯୁକ୍ତି ବିଦ୍ୟାର ଉନ୍ନତିକରଣ ଓ ଦେଶର ଉନ୍ନତିରେ ମହାକାଶର ପ୍ରୟୋଗ ।ଏହା ୧୯୬୯ରେ ପ୍ରତିଷ୍ଠା ହୋଇଥିଲା । ଭାରତୀୟ ରାଷ୍ଟ୍ରୀୟ ଅନ୍ତରୀକ୍ଷ ଅନୁସନ୍ଧାନ ସମିତି (INCOSPAR) ବଦଳରେ ସ୍ଥାପିତ ହୋଇଥିଲା । ଇସ୍ରୋ ମୁଖ୍ୟ କାର୍ଯାଳୟ ବାଙ୍ଗାଲୋରଠାରେ ଅବସ୍ଥିତ । ଏହା ଭରତ ସରକାରଙ୍କ ମହାକାଶ ବିଭାଗ ଅନ୍ତର୍ଗତ ଅଟେ, ଯାହାକି ବର୍ତମାନ ପ୍ରଧାନମନ୍ତ୍ରୀଙ୍କ ଅଧୀନରେ କାର୍ଯ୍ୟ କରୁଅଛି ।ଇସ୍ରୋକୁ ପ୍ରତିଷ୍ଠା କରିବାରେ ଡକ୍ଟର ବିକ୍ରମ ଅମ୍ବାଲାଲ୍ ସରାଭାଇଙ୍କ ଉଲ୍ଲେଖନୀୟ ଯୋଗଦାନ ଓ ଆପ୍ରାଣ ପ୍ରଚେଷ୍ଟା ଯୋଁଗୁ ତାଙ୍କୁ ଭାରତୀୟ ମହାକାଶ କାର୍ଯ୍ୟକ୍ରମର ଜନକ ବୋଲି କୁହାଯାଏ। ଭାରତର ପ୍ରଥମ କୃତ୍ରିମ ଉପଗ୍ରହ "ଆର୍ଯ୍ୟଭଟ୍ଟ" ଇସ୍ରୋ ଦ୍ଵାରା ପ୍ରସ୍ତୁତ ହୋଇଥିଲା ଓ ନିଜସ୍ୱ ଉତକ୍ଷେପଣଯାନ ଅଭାବରୁ ରୁଷିଆ ନିର୍ମିତ କୋସମୋସ-୩M ଯାନ ଦ୍ଵାରା ୧୯ ଏପ୍ରିଲ, ୧୯୭୫ ମସିହାରେ କପୁସ୍ତିନ ୟାର (kapustin yar)ରୁ ଉତକ୍ଷେପଣ କରଯାଇଥିଲା। ପରାବର୍ତ୍ତୀ ସମୟରେ ମହାକାଶ କାର୍ଯ୍ୟକ୍ରମ ତ୍ୱରାନ୍ୱିତ ହେବା ସହିତ ଇସ୍ରୋ ନିଜସ୍ୱ ଉତକ୍ଷେପଣଯାନ ନିର୍ମାଣ କାରିବାରେ ସମର୍ଥହେଲା। ବର୍ତ୍ତମାନ ଇସ୍ରୋ ଦ୍ୱାରା ନିର୍ମିତ ଏସଏଲଭି (SLV),ଏଏସଏଲଭି (ASLV), ପିଏଏଲଭି (PSLV) ଏବଂ ଜିଏଏଲଭି(GSLV) ଶ୍ରେଣୀର ଅନେକ ଉତକ୍ଷେପଣଯାନ ଦ୍ୱାରା ଶତାଧିକ କୃତ୍ରିମ ଉପଗ୍ରହ ମହାକାଶକୁ ପ୍ରେରାଣ କରିବାରେ ସଫଳହେଇପାରିଛି। ଏହାସହ ଏକାସଙ୍ଗେ ୧୦୪ଟି କୃତ୍ରିମ ଉପଗ୍ରହକୁ ବିଭ୍ଭିନ୍ନ କକ୍ଷରେ ପ୍ରତିସ୍ଥାପନ କରି ବିଶ୍ୱରେକର୍ଡ ଲାଭକାରିବାର ଗୌରବହାସଲ କରିଛି। ୫ ଜୁନ୍, ୨୦୧୭ ରେ ଇସ୍ରୋ ୪ଟନ୍ ଓଜନ ବିଶିଷ୍ଟ GSAT-19 ସାଟେଲାଇଟ୍କୁ ଜିଏସଏଲଭି-ଏମକେ୩ (GSLV-Mk III) ଦ୍ୱାରା କକ୍ଷରେ ସ୍ଥାପନ କରିପାରିଲା। ଅକ୍ଟୋବର ୨୨, ୨୦୦୮ ରେ ଇସ୍ରୋ ଚନ୍ଦ୍ରକୁ ଏକ ମାନାବରହିତ ମହାକାଶଯାନ ପରେରଣ କରିଥିଲା. ଏହା ନଭେମ୍ବର ୮, ୨୦୦୮ ରେ ଚନ୍ଦ୍ର କକ୍ଷରେ ଅବସ୍ଥାବିତ ହୋଇଥିଲା। ତତ୍ପରେ ନଭେମ୍ବର ୫, ୨୦୧୩ ରେ ଭାରତର ପ୍ରଥମ ଆର୍ନ୍ତଗ୍ରହ ଅଭିଯାନ ମଙ୍ଗଳଯାନ ଆରମ୍ଭ କରିଥିଲା.
ବଳିଆ କୁକୁର (ଭାରତରେ “ଢୋଲ୍” ଭାବେ ପରିଚିତ, ଜୀବ ବିଜ୍ଞାନ ନାମ Cuon Alpinus, ସମ୍ଵଲପୁରୀ ଭାଷାରେ କୋକବଲିଆ) ମଧ୍ୟ ଏସିଆ, ଦକ୍ଷିଣ ଏସିଆ ଓ ଦକ୍ଷିଣ-ପୂର୍ବ ଏସିଆରେ ଦେଖାଯାଉଥିବା ଏକ ଶ୍ଵାନ ଜାତୀୟ ପ୍ରାଣୀ । ବଳିଆ କୁକୁରକୁ ଭାରତର ଅନ୍ୟ ସ୍ଥାନ ମାନଙ୍କରେ ଲୋକେ ଢୋଲ୍, ଏସୀୟ ଜଙ୍ଗଲି କୁକୁର, ଭାରତୀୟ ଜଙ୍ଗଲି କୁକୁର, ହ୍ଵିସିଲ୍ ଶବ୍ଦକାରୀ କୁକୁର, ଲାଲ୍ କୁକୁର ଓ ପର୍ବତୀୟ ଗଧିଆ ମଧ୍ୟ କୁହନ୍ତି । ଜିନ୍ ଦୃଷ୍ଟିରୁ ଏହା ଶ୍ଵାନ ପ୍ରଜାତୀୟ ପ୍ରାଣୀଙ୍କ ନିକଟତମ, କିନ୍ତୁ ଏହାର ଖପୁରି ସମଜାତୀୟ ପ୍ରାଣୀଙ୍କ ଭଳି ଅବତଳ ନହୋଇ ସାମାନ୍ୟ ଉତ୍ତଳ ହୋଇଥାଏ । ଏହି ଦୁଇ ପ୍ରଜାତିଙ୍କ ଥୋଡ଼ି ବା ମୁହଁର ଗଠନରେ ମଧ୍ୟ ତଫାତ ଥାଏ । ପ୍ଲାଇଷ୍ଟୋସିନ୍ ସମୟରେ ବଳିଆ କୁକୁର ଏସିଆ, ଇଉରୋପ ଏବଂ ଉତ୍ତର ଆମେରିକାରେ ବହୁ ପରିମାଣରେ ଚଳପ୍ରଚଳ କରୁଥିଲେ କିନ୍ତୁ ପ୍ରାୟ ୧୨,୦୦୦ରୁ ୧୮,୦୦୦ ବର୍ଷ ପୂର୍ବେ ସେମାନଙ୍କ ଭୌଗୋଳିକ ଅବସ୍ଥିତି କ୍ରମେ ସୀମିତ ହେବାକୁ ଲାଗିଲା ।
ଦଣ୍ଡନାଚ ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ । ଏହା ଗଞ୍ଜାମ ଜିଲ୍ଲାର ଏକ ଲୋକ ପର୍ବ। ଏହା ଗ୍ରାମାଞ୍ଚଳରେ ଏହା କାମନା ଦଣ୍ଡ ଭାବେ ପରିଚିତ। ଏହି ନୃତ୍ୟ ଧର୍ମିୟ ଧାରଣା ଏବଂ ଈଶ୍ଵର ବିଶ୍ଵାସ ଉପରେ ପ୍ରତିଷ୍ଠିତ । ନାଟକର ସୃଷ୍ଟି କେବେ ଓ କିଭଳି ହେଲା ତାହା ରହସ୍ୟମୟ । ତେବେ ଆଧୁନିକ ନାଟକ ସୃଷ୍ଟିର ବହୁ ପୂର୍ବରୁ ଲୋକନାଟକ ଗୁଡିକ ସୃଷ୍ଟି ହୋଇଥିବା ବିଷୟକୁ ଅସ୍ବୀକାର କରାଯାଇ ନପାରେ । କାରଣ ବେଦ, ଭରତମୁନିଙ୍କ ନାଟ୍ୟଶାସ୍ତ୍ର,ବୌଦ୍ଧ ନିକାୟ,ପାଣିନି,କୃଶାଶ୍ବ ଓ ବିଭିନ୍ନ ପୌରାଣିକ ଗ୍ରନ୍ଥରୁ ଲୋକନାଚକ ସମ୍ପର୍କରେ ସଂକେତ ମିଳିଥାଏ । ଲୋକନାଟକ ଗୁଡିକର ବର୍ହିଲକ୍ଷ ଓ ଅନ୍ତର୍ଲକ୍ଷ ହେଉଛି ଶିକ୍ଷା ପ୍ରଦାନ । ଜନଜୀବନର କାହାଣୀକୁ ବା ଲୋକବୃତ୍ତକୁ ବିଶ୍ବସ୍ତ ଭାବେ ଉପସ୍ଥାପିତ କରିବା ଲୋକନାଟକର ଅନ୍ୟ ଏକ ଲକ୍ଷ । ନାଟକ ହେଉଛି ଦୃଶ୍ୟକାବ୍ୟ ଓ କାବ୍ୟମାନଙ୍କ ମଧ୍ୟରେ ଶ୍ରେଷ୍ଠ । ନାଟକର ସ୍ରଷ୍ଟା ନାଟ୍ୟ ଶିଳ୍ପିର ମାୟାଜାଲ ବିସ୍ତାର କରି ଦର୍ଶକର ଚିତ୍ତ ବିନୋଦନ ସହିତ ସତ୍ୟ ,ଶିବ ଓ ମଙ୍ଗଳର ଜୟଗାନପାଇଁ ଆହ୍ବାନ ଦେଇଥାନ୍ତି ।
ଗୋଟିଏ ସ୍ଵାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ଵାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ଵ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ବାମାପଦ ତ୍ରିପାଠୀ ଏବେ ସମାଜର ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
କାର୍ତ୍ତିକ ମାସର ଶେଷ ପାଞ୍ଚଦିନ (କାର୍ତ୍ତିକ ଶୁକ୍ଳ ଏକାଦଶୀ ଠାରୁ ପୂର୍ଣ୍ଣିମା ପର୍ଯ୍ୟନ୍ତ)କୁ ପବିତ୍ର ପଞ୍ଚକ ଭାବେ ପାଳନ କରାଯାଏ । ଏହା ମହା ପଞ୍ଚକ, ବକପଞ୍ଚକ ବା ଭୀଷ୍ମପଞ୍ଚକ ବି ବିଷ୍ଣୁ ପଞ୍ଚକ ଭାବେ ମଧ୍ୟ ଜଣାଶୁଣା । ଯେଉଁମାନେ କାର୍ତ୍ତିକ ମାସ ସାରା ହବିଷ୍ୟ କରିପାରନ୍ତି ନାହିଁ, ସେମାନେ ଏହି ପାଞ୍ଚଦିନ ହବିଷ୍ୟ ପାଳନ କରନ୍ତି । ଅନେକ ଅଁଳା ନବମୀ, ରାଧାପାଦ ଦର୍ଶନ ଦିବସ ଠାରୁ ସାତଦିନ ହବିଷ୍ୟ କରନ୍ତି । ଏହି ପାଞ୍ଚଦିନ ହିନ୍ଦୁମାନେ ଆମିଷ ପରିତ୍ୟାଗ କରି ଶୁଦ୍ଧ, ସାତ୍ତ୍ଵିକ ଖାଦ୍ୟ ଭୋଜନ କରନ୍ତି । ଏହିପଞ୍ଚକରେ ବକମାନେ ମଧ୍ୟ ଆମିଷ ଭୋଜନରୁ ନିବୃତ୍ତ ରୁହନ୍ତି ବୋଲି କଥିତ ଅଛି । ତେଣୁ ଏହାକୁ 'ବକ ପଞ୍ଚକ' କୁହାଯାଏ । ଶର ଶଯ୍ୟା ଉପରେ ଶାୟିତ ପିତାମହ ଭୀଷ୍ମ ରାଜଧର୍ମ, ମୋକ୍ଷଧର୍ମ, ଦାନଧର୍ମ ବର୍ଣ୍ଣନା କରିଥିଲେ, ଯାହାକୁ ପାଣ୍ଡବମାନଙ୍କ ସହିତ ଭଗବାନ ଶ୍ରୀକୃଷ୍ଣ ମଧ୍ୟ ଶୁଣିଥିଲେ । ଏଥିରେ ପ୍ରସନ୍ନ ହୋଇ ଶ୍ରୀବାସୁଦେବ କହିଲେ ଆପଣ ଧନ୍ୟ । ଧର୍ମର ଗୂଢ଼ ରହସ୍ୟ ବର୍ଣ୍ଣନା କରିଛନ୍ତି । କାର୍ତ୍ତିକ ଏକାଦଶୀ ଦିନ ତମେ ଜଳର ଇଚ୍ଛା କରିଛ । ଅର୍ଜୁନ ବାଣଦ୍ଵାରା ଗଙ୍ଗାଜଳ ପ୍ରସ୍ତୁତ କଲେ, ଯଦ୍ଵାରା ତମର ତନ, ମନ, ପ୍ରାଣ ସନ୍ତୁଷ୍ଟ ହେଲା । ଏଣୁ ଆଜିଠାରୁ ପୂର୍ଣ୍ଣିମା ପର୍ଯ୍ୟନ୍ତ ପାଞ୍ଚଦିନ ଯେଉଁମାନେ ତୁମକୁ ଜଳ ଅର୍ଘଦାନ କରିବେ- ସେମାନେ ମୋତେ ତୃପ୍ତକରିବେ । ଏହା ହେଉଛି ଭୀଷ୍ମପଞ୍ଚକ- ପ୍ରତିବର୍ଷ ପାଳିତ ହେବ । ସାଧାରଣତଃ ସନ୍ତାନପ୍ରାପ୍ତି ଉଦ୍ଦେଶ୍ୟରେ ଅନେକ ଏହି ଭୀଷ୍ମପଞ୍ଚକ ବ୍ରତ ପାଳନ କରନ୍ତି ।କାର୍ତ୍ତିକ ମାସର ଶେଷ ପାଞ୍ଚଦିନ ଅର୍ଥାତ୍ କାର୍ତ୍ତିକ ଶୁକ୍ଳ ଏକାଦଶୀ ଠାରୁ ପୂର୍ଣ୍ଣମୀ ପର୍ଯ୍ୟନ୍ତ ପରମ ପବିତ୍ର ଦିବସ I ଏହି ପଞ୍ଚକରେ ତେତିଶ କୋଟି ଦେବତା ମନୁଷ୍ୟମାନଙ୍କର ସନ୍ନିକଟ ହୋଇଯାନ୍ତି I ଏହି ସମୟରେ ଏକଲକ୍ଷ ତୁଳସୀପତ୍ର ଚଢାଇ ବିଷ୍ଣୁଙ୍କୁ ପୂଜାକଲେ, ସମସ୍ତ ଦେବତା ପ୍ରସନ୍ନହୋଇ ବର ପ୍ରଦାନକରନ୍ତି I “ ସର୍ବଦେବ ନମସ୍କାରଃ କେଶବଂ ପ୍ରତିଗଚ୍ଛତି I” ଭଗବାନ୍ ବିଷ୍ଣୁ ଇପ୍ସିତ ବର ପ୍ରଦାନକରନ୍ତି I ଗୋଟିଏ ଗୋଟିଏ ତୁଳସୀ ଦଳ ଗୋଟିଏ ଗୋଟିଏ ମୋତି ହୋଇଯାଏ I ପାଞ୍ଚଦିନ ଗୋବିନ୍ଦ ନାମ ସ୍ମରଣକଲେ ଅକ୍ଷୟପୁଣ୍ୟ ପ୍ରାପ୍ତିହୁଏ I “ଗୋବିନ୍ଦ ଗୋବିନ୍ଦ ହରେ ମୁରାରେ ଗୋବିନ୍ଦ ଗୋବିନ୍ଦ ମୁକୁନ୍ଦକୃଷ୍ଣ / ଗୋବିନ୍ଦ ଗୋବିନ୍ଦ ରଥାଙ୍ଗ ପାଣେ ଗୋବିନ୍ଦ ଦାମୋଦର ମାଧବେତି I” ଭାଗବତ ଏବଂ ଗୀତା ପାଠ କରିବା ବିଧେୟ I ଏହିସମୟରେ ପ୍ରତ୍ୟେହ ଗୀତାର ଗୋଟିଏ ଶ୍ଳୋକ ପାଠକରି ମଧ୍ୟ ମନୁଷ୍ୟ ଜୀବନ୍ମୁକ୍ତ ହୋଇଯିବ । ସ୍କନ୍ଦ ପୁରାଣ ମତେ: “ କାର୍ତ୍ତିକ ମାସି ବିପ୍ରେନ୍ଦ୍ର ଯସ୍ତୁଗୀତାଂ ପଠେନ୍ନରଃ ତସ୍ୟ ପୁଣ୍ୟଫଳଂ ବକ୍ତୁଂ ମମଶକ୍ତି ର୍ନ ବିଦୀତେ ଗୀତାୟାସ୍ତୁ ସମଂ ଶାସ୍ତ୍ରଂ ନ ଭୂତଂ ନ ଭବିଷ୍ୟତି ସର୍ବ ପାପହରା ନିତ୍ୟଂ ଗୀତୈକା ମୋକ୍ଷଦାୟିନୀ ଶ୍ରୀମଦ୍ ଭଗବତସ୍ୟାପି ଶ୍ରବଣଂ ଯଃ ସମାଚରେତ୍ ସର୍ବପାପ ବିନିର୍ମୁକ୍ତଃ ପରଂ ନିର୍ବାଣ ମୃଚ୍ଛତି I” ଏହିପାଞ୍ଚଦିନକୁ ଭୀଷ୍ମ ପଞ୍ଚକ କୁହାଯିବାର ପୌରାଣିକ ରହସ୍ୟ ହେଉଛି – ବାଣ ଶଯ୍ୟା ଉପରେ ଶାୟିତ ପିତାମହ ଭୀଷ୍ମ ରାଜଧର୍ମ, ମୋକ୍ଷଧର୍ମ, ଦାନଧର୍ମ ବର୍ଣ୍ଣନା କରିଥିଲେ, ଯାହାକୁ ପାଣ୍ଡବମାନଙ୍କ ସହିତ ଭଗବାନ ଶ୍ରୀକୃଷ୍ଣ ମଧ୍ୟ ଶୁଣିଥିଲେ I ଏଥିରେ ପ୍ରସନ୍ନ ହୋଇ ଶ୍ରୀବାସୁଦେବ କହିଲେ ଆପଣ ଧନ୍ୟ I ଧର୍ମର ଗୂଢ଼ ରହସ୍ୟ ବର୍ଣ୍ଣନା କରିଛନ୍ତି I କାର୍ତ୍ତିକ ଏକାଦଶୀଦିନ ତମେ ଜଳର ଯାଚନା କରିଛ I ଅର୍ଜୁନ ବାଣର ବେଗରେ ଗଙ୍ଗାଜଳ ପ୍ରସ୍ତୁତ କଲେ, ଯଦ୍ୱାରା ତମର ତନ, ମନ, ପ୍ରାଣ ସନ୍ତୁଷ୍ଟ କଲା । ଏଣୁ ଆଜିଠାରୁ ପୂର୍ଣ୍ଣିମା ପର୍ଯ୍ୟନ୍ତ ପାଞ୍ଚଦିନ ଯେଉଁମାନେ ତୁମକୁ ଜଳ ଅର୍ଘଦାନ କରିବେ – ସେମାନେ ମୋତେ ତୃପ୍ତ କରିବେ I ଏହା ହେଉଛି ଭୀଷ୍ମପଞ୍ଚକ – ପ୍ରତିବର୍ଷ ପାଳିତ ହେବ I ବ୍ରତଧାରୀ ସବ୍ୟ ହୋଇ ମହାତ୍ମା ଭୀଷ୍ମଙ୍କ ପାଇଁ ତର୍ପଣ କରିବେ I ଏହିଭୀଷ୍ମ ତର୍ପଣ ସମସ୍ତ ବର୍ଣ୍ଣର ଲୋକେ କରିପାରିବେ I ମନ୍ତ୍ର ହେଉଛି- “ ସତ୍ୟବ୍ରତାୟ ଶୁଚିୟେ ଗାଙ୍ଗେୟାୟ ମହାତ୍ମନେ ଭୀଷ୍ମାୟୈତଦ୍ ଦଦାମ୍ୟର୍ଘ୍ୟ ମାଜନ୍ମ ବ୍ରହ୍ମଚାରିଣେ I” ଆଜନ୍ମ ବ୍ରାହ୍ମଚର୍ଯ୍ୟ ପାଳନକର୍ତ୍ତା ପରମ ପବିତ୍ର ସତ୍ୟବ୍ରତ ପରାୟଣ ଗଙ୍ଗାନନ୍ଦନ ଭୀଷ୍ମଙ୍କୁ ମୁଁ ଏହି ଅର୍ଘ୍ୟ ପ୍ରଦାନ କରୁଛି । ସନ୍ତାନ ପ୍ରାପ୍ତି ଉଦ୍ଦେଶ୍ୟରେ ଅନେକ ଏହି ଭୀଷ୍ମପଞ୍ଚକ ବ୍ରତ ପାଳନ କରନ୍ତି । ସନ୍ତାନହୀନ ବ୍ୟକ୍ତିଙ୍କ ପାଇଁ ଭୀଷ୍ମପଞ୍ଚକ ପାଳନୀୟ- ଏକଥା ପଞ୍ଚକରେ ଅର୍ଘ୍ୟଦାନ ମନ୍ତ୍ରରୁ ସୁସ୍ପଷ୍ଟ ହୋଇଥାଏ I ଅର୍ଘ୍ୟଦାନ ମନ୍ତ୍ର ହେଉଛି- “ବୈୟାଘ୍ୟପଦ ରୋତ୍ରାୟ ସାଙ୍କୃତ ପ୍ରବରାୟ ଚ ଅପୁତ୍ରାୟ ଦଦାମ୍ୟେତ ଦୁଦକଂ ଭୀଷ୍ମ ବର୍ମଣେ ବତ୍ସନାମବତାରାୟ ଶନ୍ତନୋ ରାତ୍ମଜାୟ ଚ ଅର୍ଘ୍ୟଂ ଦଦାମି ଭୀଷ୍ମାୟ ଆଜନ୍ମ ବ୍ରହ୍ମଚାରିଣେ I” ଯାହାଙ୍କର ବ୍ୟାଘ୍ରପଦ ଗୋତ୍ର ଏବଂ ସାଂକୃତ ପ୍ରବର, ସେହିପୁତ୍ର ରହିତ ଭୀଷ୍ମବର୍ମାଙ୍କୁ ମୁଁ ଏହିଜଳ ଦେଉଛି I ବସୁମାନଙ୍କ ଅବତାର, ଶାନ୍ତନୁଙ୍କ ପୁତ୍ର, ଆଜନ୍ମ ବ୍ରହ୍ମଚାରୀ ଭୀଷ୍ମଙ୍କୁ ମୁଁ ଅର୍ଘ୍ୟ ଦେଉଛି I ପଞ୍ଚଗବ୍ୟ, ସୁଗନ୍ଧଚନ୍ଦନ, କୁଙ୍କୁମଦ୍ୱାରା ଭକ୍ତିପୂର୍ବକ ଶ୍ରୀହରିଙ୍କ ପୂଜନ କରିବ I ଅଷ୍ଟାକ୍ଷର ମନ୍ତ୍ର “ଓଁ ନମୋ ବାସୁଦେବାୟ ” ବା ଷଡାକ୍ଷର ମନ୍ତ୍ର “ ଓଁ ରାମାୟନମଃ, ” ଶହେ ଆଠବାର ଜପ କରିବ I ବ୍ରତକାଳରେ ବ୍ରାହ୍ମଚର୍ଯ୍ୟ ପାଳନ କରିବ I କାର୍ତ୍ତିକ ପୌଷମାସୀରେ ବ୍ରାହ୍ମଣଙ୍କୁ ନ୍ୟୁନ ପକ୍ଷେ ପାଞ୍ଚ ଜଣ ବ୍ରାହ୍ମଣଙ୍କୁ ଭୋଜନ ଦେଇ ବ୍ରତ ଉଦ୍ ଯାପନ କରିବ । ଏହି ପଞ୍ଚକରେ ପାଞ୍ଚଦିନ ଯାକ ତାତ୍ପର୍ଯ୍ୟପୂର୍ଣ୍ଣ । ପଞ୍ଚକର ପ୍ରଥମଦିନ ହେଉଛି ବଡ ଏକାଦଶୀ I ଆଷାଢ ଶୁକ୍ଳପକ୍ଷ, ଏକାଦଶୀ ତିଥିରେ ଭଗବାନବିଷ୍ଣୁ ଶଙ୍ଖାସୁରକୁ ବଧ କରିଥିଲେ I ଅତଃ ସେହିଦିନ ଠାରୁ ଚାରିମାସ କାଳ ଭଗବାନ କ୍ଷୀରସାଗରରେ ବିଶ୍ରାମ କରନ୍ତି I ଚାର୍ତୁମ୍ୟାସ୍ୟା ପରେ କାର୍ତ୍ତିକ ଶୁକ୍ଳ ଏକାଦଶୀରେ ଜାଗ୍ରତ ହୁଅନ୍ତି I ଏହିକାରଣରୁ ବୈଷ୍ଣବମାନେ “ଉତ୍ତିଷ୍ଠୋତ୍ତିଷ୍ଠ ଗୋବିନ୍ଦ ଉତ୍ତିଷ୍ଠ ଗରୁଡଧ୍ୱଜ ଉତ୍ତିଷ୍ଠ କମଳାକାନ୍ତ ତୈଲୋକ୍ୟ ମଙ୍ଗଳଂ କୁରୁ” ମନ୍ତ୍ରୋଚାରଣ କରି ବିଷ୍ଣୁ ଭଗବାନଙ୍କୁ ଜାଗ୍ରତ କରାନ୍ତି I ହେ ଗୋବିନ୍ଦ ! ଉଠନ୍ତୁ, ଉଠନ୍ତୁ, ହେ ଗରୁଡଧ୍ୱଜ ! ଉଠନ୍ତୁ I ହେ କମଳାକାନ୍ତ !
ଅଖିଳ ମୋହନ ପଟ୍ଟନାୟକ ଜଣେ ଜଣାଶୁଣା ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ଵଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ସୁନ୍ଦରଗଡ଼ର ସଲମାନ୍ ଖାନ୍, ୨୦୧୮ରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ରଜ ସମୟରେ ମୁକ୍ତିଲାଭ କରିଥିଲା । ତରଙ୍ଗ ସିନେ ପ୍ରଡକ୍ସନ ନିର୍ମାଣ କରିଥିଲା ଏହି କଥାଚିତ୍ରଟି । ରଣଜିତ ପଟ୍ଟନାୟକ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ଅଶୋକ ପତି ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ବାବୁଶାନ୍ ମହାନ୍ତି ଏବଂ ନବାଗତା ଅଭିନେତ୍ରୀ ଦିବ୍ୟା ମହାନ୍ତି । ଅଭିନେତ୍ରୀ ଦିବ୍ୟା ପୂର୍ବରୁ ତରଙ୍ଗ ଟିଭିରେ ଜୟ ମା ଲକ୍ଷ୍ମୀ ଧାରାବାହିକରେ ମାଆ ଲକ୍ଷ୍ମୀଙ୍କ ଭୂମିରେ ଅଭିନୟ କରିଥିଲେ ଏବଂ ପରେ ଦକ୍ଷିଣ ଭାରତୀୟ କଥାଚିତ୍ର ଓ ଧାରାବାହିକରେ ଅଭିନୟ କରିଥିଲେ । ବବି ମିଶ୍ର, ପପୁ ପମ ପମ, ମିହିର ଦାସ, ଉଷସୀ ମିଶ୍ର ସାତ୍ୱକୀ ମିଶ୍ର, ପୁଷ୍ପା ପଣ୍ଡା, କାଳିଆ, ତ୍ରିଭୁବନ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । ଏହି ଚଳଚ୍ଚିତ୍ରଟିକୁ ସେନ୍ସର୍ ବୋର୍ଡ଼ ତରଫରୁ 'ୟୁ' ମାନ୍ୟତା ପ୍ରଦାନ କରାଯାଇଥିଲା ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ଵରୂପରାଣୀ ଥିଲା । ସେ ସ୍ଵାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ଝାନସୀର ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ଵାଧୀନତା ସଂଗ୍ରାମର ଜଣେ ନାୟିକା । ସ୍ଵଦେଶ ଓ ସ୍ଵଜାତିକୁ ପରାଧୀନତାର ଶକ୍ତ ବନ୍ଧନରୁ ମୁକ୍ତ କରିବା ପାଇଁ ଯେଉଁ ନାରୀମାନେ ଆଗକୁ ମାଡି ଆସିଥିଲେ ସେମାନଙ୍କ ମଧ୍ୟରେ ଲକ୍ଷ୍ମୀବାଈ ଅଗ୍ରଗଣ୍ୟା। ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗ ଚାଳନା, ଅଶ୍ଵାରୋହଣ, ବିଭିନ୍ନ୍ ପ୍ରକାର ଶାରୀରିକ ବ୍ୟାୟମ,ଦୁର୍ଦ୍ଦାନ୍ତ ହସ୍ତୀ ମାନଙ୍କୁ ଆୟତ କରିବା ଆଦି ପୁରୁଷ ସୁଲଭ କଳାରେ ସେ ପାରଙ୍ଗମ ଥିଲେ।
ଇଡିଓପାଥିକ ପଲମୋନାରି ଫାଇବ୍ରୋସିସ (ଇଂରାଜୀ ଭାଷାରେ Idiopathic pulmonary fibrosis/ IPF) ଏକ ପ୍ରକାର ଦୀର୍ଘକାଳୀନ ବର୍ଦ୍ଧିଷ୍ଣୁ ଓ ଅପରିବର୍ତ୍ତନୀୟ ଫୁସଫୁସ ରୋଗ (lung disease) ଯେଉଁଥିରେ ଫୁସଫୁସର (en:lung) କାର୍ଯ୍ୟଶକ୍ତି କମିଯାଏ । ଏଥିରେ ନିୟମିତ ଅଣନିଶ୍ୱାସ (shortness of breath) ଓ ଶୁଖିଲା କାଶ (cough) ଇତ୍ୟାଦି ଲକ୍ଷଣ ଦେଖାଯାଏ । କ୍ଲବିଙ୍ଗ (nail clubbing) ଓ ଥକ୍କାଣ ଭଳି ପରିବର୍ତ୍ତିତ ଲକ୍ଷଣ ଦେଖାଯାଏ । ରୋଗ ଜଟିଳ ହେଲେ ଫୁସଫୁସୀୟ ଉଚ୍ଚ ରକ୍ତଚାପ (Pulmonary hypertension), ହୃଦ୍ପାତ, ନିମୋନିଆ, ପଲ୍ମୋନାରି ଏମ୍ବୋଲିଜ୍ମ ଇତ୍ୟାଦି ରୋଗମାନ ଦେଖାଯାଆନ୍ତି ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
କାର୍ତ୍ତିକ ପୂର୍ଣ୍ଣମା, ରାସ ବା ରାସ ପୂର୍ଣ୍ଣିମା ନାମରେ ମଧ୍ୟ ପରିଚିତ । ଓଡ଼ିଶାର ଆଚାର ବିଚାର, ଚାଲିଚଳଣି ତଥା ଧର୍ମୀୟ ଭାବନା ସହିତ ଏହି ପର୍ବ ଓତପ୍ରୋତ ଭାବେ ଜଡ଼ିତ । ଗୌରବମୟ ଉତ୍କଳର ପ୍ରାଚୀନ ଇତିହାସ ସହିତ ଏହା ଏତେ ନିବିଡ଼ ଭାବରେ ସଂପୃକ୍ତ ଯେ ଏହି ଦିବସର ଗୁରୁତ୍ଵକୁ ବାଦ ଦେଲେ ଖ୍ରୀଷ୍ଟପୂର୍ବୀୟ କାଳରେ ଓଡ଼ିଶାରେ ନୌବାଣିଜ୍ୟ ସମ୍ପର୍କରେ ଚିନ୍ତା ବି କରାଯାଇ ପାରେ ନାହିଁ । ଅତଏବ ଧର୍ମଗତ ତଥା ଐତିହାସିକ ଉଭୟ ଦୃଷ୍ଟିକୋଣରୁ ଏହାର ମୂଲ୍ୟବୋଧ ଅତୀବ ବୈଶିଷ୍ଟ୍ୟ ପରିପୂର୍ଣ୍ଣ ।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ଵର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ଭାରତୀୟ ସମ୍ବିଧାନର ମୁଖବନ୍ଧ ଓ ମୌଳିକ ବୈଶିଷ୍ଟ୍ୟ
ଭାରତୀୟ ସମ୍ବିଧାନର ବୈଶିଷ୍ଟ୍ୟ ବର୍ଣ୍ଣନା କଲାବେଳେ କେତେକ ପ୍ରଧାନ ବ୍ୟବସ୍ଥା ପ୍ରତି ଦୃଷ୍ଟିଦେବାକୁ ହୁଏ ।
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ଵବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ଵବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ନୃତତ୍ତ୍ୱ ବିଜ୍ଞାନ ଅତୀତ ଓ ବର୍ତ୍ତମାନର ମଣିଷମାନଙ୍କର ବୈଜ୍ଞାନିକ ଅଧ୍ୟୟନର ବିଦ୍ୟା ଅଟେ । ଏହି ଶାସ୍ତ୍ର ସମାଜଶାସ୍ତ୍ର, ମାନବିକୀ ଶାସ୍ତ୍ର, ତଥା ବିଜ୍ଞାନୱର ନାନା ବିଦ୍ୟାଲୋଚନାର ପରମ୍ପରାର ଭିତ୍ତିରେ ଜ୍ଞାନନିର୍ମାଣ କରେ । ଉନବିଂଶ ଶତାବ୍ଦୀର ଶେଷ ଓ ବିଂଶ ଶତାବ୍ଦୀର ଆରମ୍ଭରୁ, ଅର୍ଥାତ୍, ଫ୍ରାଞ୍ଜ୍ ବୋଆସ୍ ଓ ବ୍ରୋନିସ୍ଲ୍ ମାଲିନସ୍କି ଙ୍କର ସମୟରୁ ଯୁକ୍ତରାଜ୍ୟ ଆମେରିକାରେ ସାଂସ୍କୃତିକ ନୃତତ୍ତ୍ୱ ବିଜ୍ଞାନ ଓ ବିଲାତରେ ସାମାଜିକ ନୃତତ୍ତ୍ୱ ବିଜ୍ଞାନ ନିଜକୁ ଏଥ୍ନୋଲୋଜି ଓ ଅନ୍ୟ ସମାଜଶାସ୍ତ୍ରଠାରୁ ପଦ୍ଧତିରେ ଆନ୍ତର୍ସାଂସ୍କୃତିକ ତୁଳନା, ସନ୍ଦର୍ଭର ଦୀର୍ଘମିଆଦୀ ଓ ଗଭୀର ପରୀକ୍ଷା, ଓ ଗବେଷଣାର କ୍ଷେତ୍ରରେ ସହଭାଗୀ ନୀରିକ୍ଷଣର ବ୍ୟବହାର ଯୋଗୁ ଭିନ୍ନ ବୋଲି ପ୍ରତିପାଦିତ କରି ଆସିଛି ।
ରିଫାମ୍ପିସିନ, ଅନ୍ୟ ନାମ ରିଫାମ୍ପିନ, ଏକ ଔଷଧ ଯାହା ଅନେକ ପ୍ରକାରରର ଆଣ୍ଟିବାୟୋଟିକ ସଂକ୍ରମଣର ଚିକିତ୍ସା ନିମନ୍ତେ ଦିଆଯାଏ । ଏହି ସଂକ୍ରମଣ କରୁଥିବା ଜୀବାଣୁମାନଙ୍କ ନାମ ମୂଖ୍ୟତଃ ଯକ୍ଷ୍ମା, କୁଷ୍ଠ, ଓ ଲେଜିଓନେଲ । ଏହା ଅନ୍ୟ ଆଣ୍ଟିବାୟୋଟିକ ସହିତ ମଧ୍ୟ ଦିଆଯାଏ । ହେମୋଫାଇଲସ୍ ଇନଫ୍ଲୁଏଞ୍ଜି ଟାଇପ ବି ଓ ମେନିଙ୍ଗୋକୋକାଲ ରୋଗ ଜୀବାଣୁ ଜନିତ ରୋଗୀ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ରୋଗ ପ୍ରତିରୋଧ ନିମନ୍ତେ ମଧ୍ୟ ରିଫାମ୍ପିସିନ ଦିଆଯାଏ । ଦୀର୍ଘକାଳୀଣ ଭିତ୍ତିରେ ଏହା ଦେବାକୁ ଥିଲେ ଏହି ଔଷଧ ଦେବା ପୂର୍ବରୁ ଲିଭର ଫଙ୍କସନ ଟେଷ୍ଟ ଓ ରକ୍ତ କାଉଣ୍ଟ କରିବା ଆବଶ୍ୟକ । ପାଟିରେ ଖାଇବାକୁ ଓ ଶୀରାରେ ଦେବାନିମନ୍ତେ ଦୁଇ ପ୍ରକାର ଔଷଧ ମିଳେ ।ରିଫାମ୍ପିସିନର ସାଧାରଣତଃ ଅଇ, ବାନ୍ତି, ତରଳ ଝାଡ଼ା ଓ କ୍ଷୁଧାହାନୀ ଆଦି ପାର୍ଶ୍ୱ ପ୍ରତିକ୍ରିୟା ଦେଖାଯାଏ । ଏହି ଔଷଧ ଖାଇବାଦ୍ୱାରା ପରିସ୍ରା, ଝାଳ ଓ ଲୁହର ରଙ୍ଗ ଲାଲ ହୋଇଯାଇ ପାରେ । ଯକୃତ ସମସ୍ୟା ବା ଆଲର୍ଜି ପ୍ରତିକ୍ରିୟା ମଧ୍ୟ ହୋଇପାରେ । ଗର୍ଭାବସ୍ଥାରେ ଏହାର ସୁରକ୍ଷାରେ ସନ୍ଦିହାନ ଥିଲେ ମଧ୍ୟ ସକ୍ରିୟ ଯକ୍ଷ୍ମା ରୋଗ ଥିଲେ ଦେବାକୁ ପରାମର୍ଶ ଦିଆଯାଏ ।ରିଫାମାଇସିନ ଦଳର ରିଫାମ୍ପିସିନ ଏକ ଆଣ୍ଟିବାୟୋଟିକ । ଜୀବାଣୁର ଆରଏନଏ ତିଆରି ଏହି ରିଫାମ୍ପିସିନ ବନ୍ଦ କରିଦେଇ ତାହାକୁ ମାରିଦିଏ ।ରିଫାମ୍ପିସିନ ସନ ୨୯୫୭ରେ ପ୍ରଥମେ ପୃଥକ କରାଯାଇଥିଲା ଓ ସନ ୧୯୭୧ରେ ପ୍ରଥମେ ବିକ୍ରି କରାଯାଇଥିଲା । ଏହାର ନାମ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଅତ୍ୟାବଶ୍ୟକୀୟ ଔଷଧ ଚିଠାରେ ଅଛି ଯାହା ମୌଳିକ ସ୍ୱାସ୍ଥ୍ୟ ସିସ୍ଟମ ନିମନ୍ତେ ଅତି ମହତ୍ତ୍ୱପୂର୍ଣ୍ଣ । ଏହା ଜେନେରିକ ଔଷଧ ନାମରେ ଉପଲବ୍ଧ ହୁଏ । ଏହାର ହୋଲସେଲ ମୁଲ୍ୟ ମାସକୁ ୩.୯୦ ଆମେରିକୀୟ ଡଲାର । ଆମେରିକାରେ ଏହା ଦାମିକା ଓ ମାସକୁ ମାସକୁ ୧୨୦ଡଲାର ଖର୍ଚ୍ଚ ହୁଏ । ଆମିକୋଲେଟୋପ୍ସିସ ରିଫାମାଇସିନିକାରୁ ଏହି ଔଷଧ ତିଆରି ହୁଏ ।
ରଙ୍ଗବତୀ (ରଙ୍ଗବତୀ କନକଲତା ନାମରେ ମଧ୍ୟ ଜଣା), ଓଡ଼ିଶାର ଏକ ଲୋକଗୀତ । ଏହା ପ୍ରଥମେ ଅଲ ଇଣ୍ଡିଆ ରେଡ଼ିଓ ପାଇଁ ସତୁରି ଦଶକର ମଝି ଆଡ଼କୁ ରେକର୍ଡ଼ କରାଯାଇଥିଲା । ଜଣାଶୁଣା ହେବା ପରେ କଲିକତାର ଏକ ରେକର୍ଡ଼ କମ୍ପାନି ୧୯୭୬ରେ ଏହାକୁ ରେକର୍ଡ଼ କରିଥିଲା । କିଛି ଅସୁବିଧା ସକାଶେ ରେକର୍ଡ଼ ବିତରଣ କିଛି କାଳ ରୋକାଯାଇଥିଲେ ହେଁ ପରେ ୧୯୭୮-୧୯୭୯ରେ ଏହା ବିତରିତ ହୋଇଥିଲା ।
ରାଧା (ହିନ୍ଦୀରେ राधा, ରୋମାନ ଲିପିରେ ଉଚ୍ଚାରଣଗତ ଦୃଷ୍ଟିରୁ ମୂଳ ସଂସ୍କୃତ ଶବ୍ଦ Rādhā), ଯିଏ ରାଧାରାଣୀ, ରାଧିକା, ରାଧୀକାରାଣୀ ବା ଶ୍ରୀମତୀ ରୂପେ ହିନ୍ଦୁଧର୍ମର ବୈଷ୍ଣବମାନଙ୍କଦ୍ୱାରା ପୂଜିତା, ବ୍ରହ୍ମ ବୈବର୍ତ ପୁରାଣ ଓ ଗୀତ ଗୋବିନ୍ଦ ଅନୁସାରେ ସିଏ ହେଉଛନ୍ତି ଶ୍ରୀକୃଷ୍ଣଙ୍କର ବାଳସଖି, ପ୍ରେମିକା। ରାଧା ପ୍ରାୟ ସର୍ବଦା କୃଷ୍ଣଙ୍କ ସହିତ ପୂଜିତା ହୋଇଥାନ୍ତି। ଗୌଡ଼ୀୟ ବୈଷ୍ଣବମାନଙ୍କ ମତରେ ସେ ହେଉଛନ୍ତି ଆଦିଶକ୍ତି। ନିମ୍ବାର୍କ ସମ୍ପ୍ରଦାୟର ବୈଷ୍ଣବମାନଙ୍କର ମଧ୍ୟ ମୂଖ୍ୟ ଆରାଧିତା ଦେବୀ ହେଉଛନ୍ତି ରାଧା। ନିମ୍ବାର୍କ ଋଷି, ଯିଏ ନିମ୍ବାର୍କ ସମ୍ପ୍ରଦାୟ ପ୍ରତିଷ୍ଠା କରିଥିଲେ, ତାଙ୍କ ମତରେ ରାଧା ଓ କୃଷ୍ଣଙ୍କର ମିଳିତ ସତ୍ତା ହେଉଛି ସତ୍ୟର ପ୍ରତୀକ। କୃଷ୍ଣଙ୍କ ସହିତ ରାଧାଙ୍କର ଅପ୍ରାକୃତ ପ୍ରେମର ବର୍ଣ୍ଣନା ବ୍ରହ୍ମ ବୈବର୍ତ ପୁରାଣ, ଗର୍ଗ ସଂହିତା ଓ ବୃହଦ୍ ଗୌତମୀୟ ତନ୍ତ୍ରରେ ଦେଖିବାକୁ ମିଳେ।
ବାଲିଯାତ୍ରା (ଡ଼ଙ୍ଗାଭସା ବା ବୋଇତ ବନ୍ଦାଣ ନାମରେ ମଧ୍ୟ ଜଣା)ଏକ ଓଡ଼ିଆ ପର୍ବ । ବାଲିଯାତ୍ରା ଓଡ଼ିଶାର ଗୌରବପୂର୍ଣ୍ଣ ଐତିହ୍ୟର ଯାତ୍ରା । ବାଲିଯାତ୍ରା ଏପରି ଏକ ଗଣମହୋତ୍ସବ ଯାହା ଓଡ୍ର, କଳିଙ୍ଗ, ଉତ୍କଳ, ତୋଷାଳୀ, କଙ୍ଗୋଦ ଓ କୋଶଳର ସମନ୍ଵୟଭିତ୍ତିକ ଯାତ୍ରା । ଆଧୁନିକ ଓଡ଼ିଶା ଉପରୋକ୍ତ ରାଷ୍ଟ୍ରଗୁଡିକର ପରିବର୍ତ୍ତିତ ରୂପ । ଏହି ଯାତ୍ରା (ଅକ୍ଟୋବର-ନଭେମ୍ବର) କାର୍ତ୍ତିକ ମାସର ପୂର୍ଣ୍ଣିମା ଠାରୁ ଆରମ୍ଭ ହୋଇଥାଏ । ଆଗ କାଳରେ ସାଧବପୁଅମାନେ ନିଜ ବୋଇତରେ ଜାଭା, ବାଲି, ସୁମାତ୍ରା,ବୋର୍ଣ୍ଣିଓ (ଏବେକାର ଇଣ୍ଡୋନେସିଆ) ଆଦି ସ୍ଥାନକୁ ବେପାର ବଣିଜ କରିବାକୁ ଯାଉଥିଲେ ଯାହାର ସ୍ମୃତିରେ ଉପକୂଳ ଅଞ୍ଚଳମାନଙ୍କରେ ବାଲିଯାତ୍ରାର ଆୟୋଜନ କରାଯାଇଥାଏ ।ଓଡ଼ିଶାର କଟକ ସହରରେ ବୋଇତ ବନ୍ଦାଣ ବା ବାଲିଯାତ୍ରାର ମହାସମାଗମ ହୋଇଥାଏ । କାର୍ତ୍ତିକ ପୂର୍ଣ୍ଣିମା ଦିନ ଓଡ଼ିଆମାନେ ଆକାମାବୈ ଗୀତ ବୋଲି ଡଙ୍ଗା ଭସାଇଥାନ୍ତି ଓ ଓଡ଼ିଶାର ଏହି ଅତୀତର ଇତିହାସକୁ ମନେପକାଇଥାନ୍ତି । ଏହି ସମୟକୁ ସାଧବମାନେ ବେପାର-ବଣିଜ ପାଇଁ ପ୍ରକୃଷ୍ଟ ସମୟ ଭାବୁଥିଲେ କାରଣ ପବନର ଗତି ସେମାନଙ୍କ ଯାତ୍ରାକୁ ସହଜ କରୁଥିଲା । କଟକଠାରେ ବାଲିଯାତ୍ରା ପ୍ରତି ବର୍ଷ ଗଡ଼ଗଡ଼ିଆ ଘାଟ ଓ ବାରବାଟି ଦୁର୍ଗ ନିକଟରେ ଅନୁଷ୍ଠିତ ହୋଇଥାଏ। ଏଠାକୁ ଓଡ଼ିଶା ଓ ଦେଶର ବିଭିନ୍ନ ପ୍ରାନ୍ତରୁ ଅନେକ ବ୍ୟବସାୟୀ ଆସିଥାନ୍ତି । ଦେଶର ବିଭିନ୍ନ ପ୍ରାନ୍ତର ହସ୍ତ-ଶିଳ୍ପ ଦେଖିବାକୁ ମିଳିଥାଏ । ବାଲିଯାତ୍ରାରେ କଟକ ପ୍ରସିଦ୍ଧ ଦହିବରା-ଆଳୁଦମ ଓ ଠୁଙ୍କାପୁରି ଇତ୍ୟାଦି ଖାଦ୍ୟ ବହୁସ୍ଥାନରେ ବିକ୍ରିହୁଏ |
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ସ୍ଵାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ଵ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ଵଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ଵଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ଵନାଥ ଦତ୍ତ ଓ ଭୁବନେଶ୍ଵରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ଵାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ଵରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
କାର୍ବାମାଜେପିନ (ସିବିଜେଡ) ଏକ ଔଷଧର ନାମ ଯାହାର ବ୍ୟବସାୟିକ ନାମ ପ୍ରାରମ୍ଭରେ ଟେଗ୍ରେଟଲ ଥିଲା । ଏହା ପ୍ରଥମେ ଏପିଲେପ୍ସି ଓ ସ୍ନାୟୁଜନିତ ଯନ୍ତ୍ରଣା ପାଉଥିବା ରୋଗୀଙ୍କୁ ଦିଆଯାଉଥିଲା । ବାତ ମାରୁଥିଲେ ଫେନିଣ୍ଟଏନ ଓ ଭାଲପ୍ରୋଏଟ ଭଳି କାମ ଦିଏ । ଆବସେନ୍ସ ସିଜର ବା ଅନୁପସ୍ଥିତ ବାତ ଓ ମାୟୋକ୍ଲୋନିକ ସିଜରରେ କାମ ଦିଏନାହିଁ । ଅନ୍ୟାନ୍ୟ ଔଷଧ ସହିତ ଏହା ସିଜିଫ୍ରେନିଆ ଓ ଦ୍ୱିତୀୟ ଧାଡ଼ି ଔଷଧରୂପେ ବାଇପୋଲାର ଡିଜଅର୍ଡ଼ର ରୋଗରେ ବ୍ୟବହାର କରାଯାଇପାରେ । ଦିନକୁ ୨ରୁ ୪ ଥର ଦିଆଯାଏ । ଏହା ଏକ କଣ୍ଟ୍ରୋଲଡ ରିଲିଜ ଔଷଧ ଆକାରରେ ମିଳୁଛି ଯାହାର ପାର୍ଶ୍ୱ ପ୍ରତିକ୍ରିୟା କମ ଥିବା ଜଣାଯାଉଛି । ସାଧାରଣତଃ ଓକାଳ ଓ ତନ୍ଦ୍ରା ଅନୁଭବ ଭଳି ପାର୍ଶ୍ୱ ପ୍ରତିକ୍ରିୟା ହୁଏ । ଅନ୍ୟାନ୍ୟ ତୀବ୍ର ପ୍ରତିକ୍ରିୟା ମଧ୍ୟରେ ଚର୍ମ ରାସ, ଅସ୍ଥି ମଜ୍ଜାର କାମ କମ ହେବା, ଆତ୍ମହତ୍ୟା ପ୍ରବଣତା ଓ ମାନସିକ ବିପର୍ଯ୍ୟୟ ହୁଏ । ଅସ୍ଥି ମଜ୍ଜା ବେମାରୀ ଥିଲେ ଏହା ବ୍ୟବହାର କରାଯାଏ ନାହିଁ । ଗର୍ଭାବସ୍ଥାରେ ଏହା ଦେଲେ ପିଲାର କ୍ଷତି ହୁଏ ନାହିଁ କିନ୍ତୁ ବାତ ମାରୁଥିଲେ ଏହା ବନ୍ଦ କରିବା ଉଚିତ ନୁହେଁ । ସ୍ତନ୍ୟପାନ କରାଉଥିବା ସମୟରେ ଏହା ଦେବାକୁ ସୁପାରିସ କରାଯାଏ ନାହିଁ । ବୃକ୍କ ଓ ଯକୃତ ବେମାରୀ ଥିଲେ ହୁସିଆର ରହିବା ଆବଶ୍ୟକ । ସନ ୧୯୫୩ରେ ସୁଇସ ରସାୟନବିତ ୱାଲଟର ସିଣ୍ଡର (Walter Schindler) କାର୍ବାମାଜେପିନ ଆବିଷ୍କାର କରିଥିଲେ । ଏହା ମାର୍କେଟରେ ୧୯୬୨ ମସିହାର ବିକ୍ରି ଆରମ୍ଭ ହୋଇଥିଲା । ଏହା ଜେନେରିକ ଔଷଧ ନାମରେ ମିଳେ ଓ ଦାମିକା ନୁହେଁ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଡେଲ ଅତ୍ୟାବଶ୍ୟକ ଔଷଧ ତାଲିକାରେ ଏହାର ନାମ ଅଛି ଓ ଏହା ମୌଳିକ ସ୍ୱାସ୍ଥ୍ୟ ତନ୍ତ୍ରର ଏକ ପ୍ରମୁଖ ଔଷଧ ।
ପ୍ରବହମାନ ଜଳର ଯାନ୍ତ୍ରିକ ଶକ୍ତି ବା ଗଚ୍ଛିତ ଜଳର ସ୍ଥିତିଜ ଶକ୍ତି ବିଦ୍ୟୁତ୍ ଶକ୍ତିରେ ରୂପାନ୍ତରିତ ହେଲେ ତାହାକୁ ଜଳ ବିଦ୍ୟୁତ୍ କୁହାଯାଏ । ଏକ ଆକଳନ ଅନୁସାରେ ୨୦୧୫ରେ ବିଶ୍ଵରେ ଉତ୍ପାଦିତ ସମସ୍ତ ବିଦ୍ୟୁତ୍ ଶକ୍ତିର ପ୍ରାୟ ୧୬.୬% ଏବଂ ନବୀକରଣୀୟ ଉତ୍ସରୁ ଜାତ ବିଦ୍ୟୁତ୍ ଶକ୍ତିର ପ୍ରାୟ ୭୦% ଅଂଶ ଜଳ ବିଦ୍ୟୁତରୁ ମିଳିଥାଏ । ଏହି ପରିମାଣ ପ୍ରତି ବର୍ଷ ହାରାହାରି ୩.୧% ହିସାବରେ ଏହା ଆଗାମୀ ୨୫ ବର୍ଷ ପର୍ଯ୍ୟନ୍ତ ବୃଦ୍ଧି ପାଇବ ବୋଲି ଅନୁମାନ କରାଯାଉଛି । ୨୦୧୩ର ଏକ ଗଣନା ଅନୁସାରେ ବିଶ୍ଵର ପ୍ରାୟ ୧୫୦ଟି ଦେଶରେ ଜଳ ବିଦ୍ୟୁତ୍ ଉତ୍ପାଦନ କରାଯାଏ । ସମଗ୍ର ଜଳ ବିଦ୍ୟୁତର ପ୍ରାୟ ୩୩% ଏସିଆର ପ୍ରଶାନ୍ତ ମହାସାଗର ତଟବର୍ତ୍ତୀ ଦେଶମାନଙ୍କରୁ ମିଳେ । ତନ୍ମଧ୍ୟରୁ ଜଳ-ବିଦ୍ୟୁତ୍ ଉତ୍ପାଦନରେ ଚୀନ୍ ପ୍ରଥମ ।
ଓଡ଼ିଆ ଭାଗବତ ଜଗନ୍ନାଥ ଦାସଙ୍କ ରଚିତ ଓଡ଼ିଆ ଭାଷାର ଏକ ପୁରାତନ ସାହିତ୍ୟିକ ପୁରାଣ କୃତି । ଏହା ୧୪ଶ ଶତାବ୍ଦୀରେ ରଚିତ ।, ଭାଗବତ ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ଏହି ପୋଥିମାନଙ୍କୁ ଏକାଠି କରି ତାହାକୁ ଛପା ବହି ଆକାରରେ ପ୍ରକାଶ କରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଟୁଙ୍ଗି ଓ ଭାଗବତ ଗାଦି/ଭାଗବତ ଗୋସାଇଁ ଆଦି ସାମୁହିକ ଭାଗବତ ପାଠ ପାଇଁ ରହିଥିଲା । ଜଗନ୍ନାଥଙ୍କ ପାଖେ ମଧ୍ୟ ଭାଗବତ ପଢ଼ାଯାଏ । ଏହା ଆଗ କାଳରେ ଭାଗବତ ଟୁଙ୍ଗି ମାନଙ୍କରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ହେତୁ ଏହା ଓଡ଼ିଆ ଘର ମାନଙ୍କରେ ବୋଲାଯାଇଥାଏ । ଭାଗବତ ପ୍ରତି ଓଡ଼ିଆ ଘରେ ସନ୍ତାନ ଜନ୍ମ ହେବା ଏନ୍ତୁଡ଼ିଶାଳରେ, ମୁମୂର୍ଷର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ, ମହାମାରୀ, ହଇଜା ଓ ଗ୍ରାମର ଅନିଷ୍ଟ ଆଶଙ୍କା ଭୟରେ ଭାଗବତ ପାଠ କରାଯାଉଥିଲା ।
ମିଳିତ ଜାତିସଂଘ ଗୋଟିଏ ଅନ୍ତଃ -ସରକାରୀ ଅନୁଷ୍ଠାନ ଯାହା ଅନ୍ତର୍ଜାତିକ ସହଯୋଗକୁ ବିକଶିତ କରିଥାଏ । ପୂର୍ବରୁ ନିଷ୍କ୍ରିୟ ଥିବା ଥିବା କେତେକ ରାଷ୍ଟ୍ରର ଗୋଷ୍ଠୀକୁ ପରିବର୍ତିତ ରୂପ ଦେଇ ୨୪ ଅକ୍ଟୋବର ୧୯୪୫ରେ ମିଳିତ ଜାତିସଂଘର ସଂସ୍ଥାପନା ହେଇଥିଲା । ଦ୍ଵିତୀୟ ମହାସମର ପରେ ଯେମିତି ସେପରି ନ ହୁଏ ସେତେବେଳେ ୫୧ଟି ସଦସ୍ୟ ରାଷ୍ଟ୍ରକୁ ନେଇ ଗଠନ ହେଇଥିବା ମିଳିତ ଜାତିସଂଘରେ ବର୍ତମାନ ସଦସ୍ୟ ସଂଖ୍ୟା ୧୯୩ । ମିଳିତ ଜାତିସଂଘର ମୁଖ୍ୟ କାର୍ଜ୍ୟାଳୟ ନିଉୟର୍କ ସହରର ମାନହାଟ୍ଟନଠାରେ ଅବସ୍ଥିତ । ଏହା ବ୍ୟତୀତ ଜେନେଭା , ନାଇରୋବି ,ଏବଂ ଭିଏନାରେ ମଧ୍ୟ ମୁଖ୍ୟ କାର୍ଜ୍ୟାଳୟ ସବୁ ରହିଛି ।ଏହି ସଂଗଠନ ସଦସ୍ୟ ରାଷ୍ଟ୍ର ସମୂହଙ୍କ ସ୍ଵେଚ୍ଛାକୃତ ଏବଂ ଆତ୍ମ ନିର୍ଧାରିତ ଅନୁଦାନଦ୍ଵାରା ପରିଚାଳିତ ହୁଏ । ଏହାର ମୂଳ ଲକ୍ଷ୍ୟ ହେଲା ଅନ୍ତର୍ଜାତିକ ଶାନ୍ତି ଓ ସୁରକ୍ଷା ବଜାୟ ରଖିବା , ମାନବିକ ଅଧିକାରର ଅଗ୍ରାଧିକାର , ସାମାଜିକ ଓ ଅର୍ଥନୈତିକ ସନ୍ତୁଳନ ରଖିବା , ପରିବେଶର ସୁରକ୍ଷା କରିବା ଓ ମରୁଡି ବା ପ୍ରକୃତିକ ଦୁର୍ବିପାକ ସମୟରେ ମାନବିକ ସାହାଯ୍ୟ ଯୋଗେଇଦେବା , ଓ ସାମରିକ ଦ୍ଵନ୍ଦର ସମାଧାନ କରିବା ।
କବିକଳହଂସ ଗୋପାଳକୃଷ୍ଣ ପଟ୍ଟନାୟକ (୧୭୮୪ - ୧୮୬୨) ଅଷ୍ଟାଦଶ ଶତାବ୍ଦୀର ଜଣେ ଓଡ଼ିଆ କବି ଥିଲେ । ସେ ରାଧା କୃଷ୍ଣଙ୍କ ପ୍ରେମଲୀଳା ଉପରେ ଆଧାରିତ ଶୃଙ୍ଗାରରସ ଭିତ୍ତିକ ଅନେକ କବିତା, କିଛି ଛାନ୍ଦ, ଚଉପଦୀ, ଭକ୍ତି ସଙ୍ଗୀତ, ଭଜନ ଓ ଜଣାଣ, କୋଇଲି, ଚଉତିଶା ଆଦି ସନ୍ଦେଶ ଗୀତିକା ସମେତ ବାତ୍ସଲ୍ୟ ରସ ମିଶ୍ରିତ କେତେକ କବିତା ରଚନା କରିଥିଲେ । 'ଉଠିଲୁ ଏଡ଼େ ବେଗି କାହିଁକି ରେ', 'ଅନୁସରିତ ପ୍ରଭୋ କାଳଯାକ ଗଲା ସରିତ', 'ଗଜରାଜ ଗମନୀ ଆଜ କି ରେ', 'ସଙ୍ଗିନୀରେ ରାସ ରଙ୍ଗିନୀରେ' ଇତ୍ୟାଦି ତାଙ୍କ ରଚିତ ଲୋକପ୍ରିୟ ରଚନା ମଧ୍ୟରୁ ଅନ୍ୟତମ । ତାଙ୍କ କବିତାଗୁଡ଼ିକ ସଂଗୃହିତ ହୋଇ ରଚନାବଳୀ ବା ଗ୍ରନ୍ଥାବଳୀ ଭାବେ ଅନେକବାର ପ୍ରକାଶିତ ହୋଇଛି ।
ଫିନୋବାର୍ବିଟାଲ, ଅନ୍ୟ ନାମ ଫିନୋବାର୍ବିଟୋନ ଔଷଧ କେତେକ ପ୍ରକାରର ଅପସ୍ମାର ବାତ ବା ଏପିଲେପ୍ସି ରୋଗ ଚିକିତ୍ସା ନିମନ୍ତେ ବ୍ୟବହାର କରିବାକୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ସୁପାରିସ କରିଛି । ବିକଶିତ ଦେଶମାନଙ୍କରେ ନବଜାତ ଶିଶୁଙ୍କର ବାତ ବା ସିଜର ହେଲେ ବ୍ୟବହାର କରାଯାଏ, କିନ୍ତୁ ଅନ୍ୟମାନଙ୍କ ନିମନ୍ତେ ଅନ୍ୟ ଔଷଧ ଦିଆଯାଏ । ଏହି ଔଷଧ ପାଟିରେ ଖାଇବାକୁ ଦିଆଯାଏ; ଶୀରାରେ ଓ ମାଂସପେଶୀରେ ଇଞ୍ଜେକସନ ଆକାରରେ ଦିଆଯାଏ । ସ୍ଟାଟସ ଏପିଲେପ୍ଟିକସରେ ଏହାର ଇଞ୍ଜେକସନ ଦିଆଯାଏ । ବେଳେବେଳେ ନିଦ୍ରାହୀନତା, ଉତ୍କଣ୍ଠା, ଡ୍ରଗ ଉଇଥଡ୍ରଆଲ ନିମନ୍ତେ ଏହା ଦିଆଯାଏ ଓ ଅପରେଶନ ସମୟରେ ଦିଆଯାଏ । ଇଞ୍ଜେକସନ ଆକାରରେ ଦେଲେ ଏହା ୫ ମିନିଟ ମଧ୍ୟରେ କାର୍ଯ୍ୟକାରୀ ହୁଏ ଓ ପାଟିରେ ଦେଲେ ଅଧ ଘଣ୍ଟା ଲାଗେ । ଏହାର ପ୍ରଭାବ ୪ ଘଣ୍ଟାରୁ ୨ ଦିନ ପର୍ଯ୍ୟନ୍ତ ରହେ ।ଏହାର ପାର୍ଶ୍ୱ ପ୍ରତିକ୍ରିୟା ଯୋଗୁ ନିମ୍ନ ଚେତନ ସ୍ତର ହୁଏ ଓ ଶ୍ୱାସକ୍ରିୟା ନିମନ୍ତେ ପ୍ରଚେଷ୍ଟା କମିଯାଏ । ଦୀର୍ଘକାଳୀନ ବ୍ୟବହାରରେ ଡ୍ରଗ ଉଇଥଡ୍ରୟାଲ ଓ ଡ୍ରଗ ଅପପ୍ରୟୋଗ ହୁଏ । ଆତ୍ମହତ୍ୟା ପ୍ରବଣତା ବୃଦ୍ଧି ପାଏ । ଗର୍ଭାବସ୍ଥାରେ ଏହି ଔଷଧ ହାନୀ କରେ । ସ୍ତନ୍ୟପାନ ସମୟରେ ଦେଲେ ଏହା ଶିଶୁକୁ ନିଦ୍ରାଳୁ କରାଏ । ବୟସ୍କ ଲୋକ ଓ ଯକୃତ ତଥା ବୃକ୍କ ରୋଗ ଥିଲେ ଅଳ୍ପ ମାତ୍ରେ ଏହା ବ୍ୟବହାର କରାଯାଏ । ଏହା ଗାବା ନିଉରୋଟ୍ରାନସମିଟରର କ୍ରିୟାକଳାପକୁ ବଢ଼େଇ ଦିଏ ।ସନ ୧୯୧୨ରେ ଫିନୋବାର୍ବିଟାଲ ଆବିଷ୍କୃତ ହୋଇଥିଲେ ମଧ୍ୟ ଏହା ଅଦ୍ୟାପି ବ୍ୟବହୃତ ସର୍ବାଧିକ ପୁରୁଣା ଆଣ୍ଟିସିଜର ଔଷଧ । ଏହାର ନାମ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଅତ୍ୟାବଶ୍ୟକୀୟ ଔଷଧ ଚିଠାରେ ଅଛି ଯାହା ସ୍ୱାସ୍ଥ୍ୟ ସିସ୍ଟମ ନିମନ୍ତେ ଅତି ମହତ୍ତ୍ୱପୂର୍ଣ୍ଣ । ଆଣ୍ଟିସିଜର ଔଷଧ ମଧ୍ୟରେ ଏହା ସବୁଠାରୁ କମ ଦାମିକା (ବାର୍ଷିକ ଖର୍ଚ୍ଚ ପ୍ରାୟ ୫ ଆମେରିକୀୟ ଡଲାର) । କେତେକ ଦେଶରେ ଏହା ନିୟନ୍ତ୍ରିତ ଔଷଧ ହୋଇଥିବାରୁ ମିଳେନାହିଁ ।
ଫେନିଟଏନ, ବ୍ୟବସାୟୀକ ନାମ ଡାଇଲାଣ୍ଟିନ, ଏକ ବାତ ନିରୋଧକ ଔଷଧ । ଟୋନିକ-କ୍ଲୋନିକ ବାତ, ଆଂଶିକ ବାତର ପ୍ରତିରୋଧ ନିମନ୍ତେ ବ୍ୟବହୃତ ହୁଏ । ସ୍ଟାଟସ୍ ଏପିଲେପ୍ଟିକସ୍ ରୋଗରେ ବେଞ୍ଜୋଡାଏଜାପିନ ଔଷଧଦ୍ୱାରା କୌଣସି ଉନ୍ନତି ନ ହେଲେ ଏହି ଔଷଧ ଦିଆଯାଏ । କେତେକ ଅନିୟମିତ ହୃତ୍ସ୍ପନ୍ଦନ ରୋଗ ଓ ନିଉରୋପାଥିକ ଯନ୍ତ୍ରଣା ନିମନ୍ତେ ମଧ୍ୟ ଏହା ଦିଆଯାଏ । ଏହି ଔଷଧ ପାଟିବାଟେ ଓ ଶୀରାରେ ଦିଆଯାଏ । ଶୀରାରେ ଦେଲେ ଏହାର ପ୍ରଭାବ ୩୦ ମିନିଟ ମଧ୍ୟରେ ଅନୁଭୁତ ହୁଏ ଓ ୨୪ ଘଣ୍ଟା ପର୍ଯ୍ୟନ୍ତ ରହେ । ରକ୍ତରେ ଏହାର ସ୍ତର ଦେଖି ଡୋଜ ନିର୍ଣ୍ଣୟ କରାଯାଏ । ଅଇ, ପେଟ ଯନ୍ତ୍ରଣା, ଖାଦ୍ୟରୁଚିହାନୀ, ଶରୀର ନିୟନ୍ତ୍ରଣ ଅଭାବ, ମାଢ଼ି ବୃଦ୍ଧି ଓ ଅତ୍ୟଧିକ ରୁମ ବୃଦ୍ଧି ଆଦି ପାର୍ଶ୍ୱ ପ୍ରତିକ୍ରିୟା ଦେଖାଯାଏ । ଅତ୍ୟଧିକ ପାର୍ଶ୍ୱ ପ୍ରତିକ୍ରିୟା ହେଲେ ନିଦ୍ରହୀନତା, ନିଜର କ୍ଷତିସାଧନ, ଯକୃତ ସମସ୍ୟା, ଅସ୍ଥି ମଜ୍ଜା ଅବରୋଧ, ନିମ୍ନ ରକ୍ତଚାପ ଓ ବିଷାକ୍ତ ଉପଚର୍ମ ତନ୍ତୁମୃତ୍ୟୁ (ନେକ୍ରୋସିସ) ହୁଏ । ଗର୍ଭାବସ୍ଥାରେ ଏହି ଔଷଧ ଯୋଗୁ ଶିଶୁଟି ଅସାଧାରଣ ହୁଏ । ସ୍ତନ୍ୟପାନ ସମୟରେ ଅସୁବିଧା ହୁଏ ନାହିଁ । ଆଲକୋହୋଲ ଏହାର ପ୍ରଭାବରେ ବାଧା ସୃଷ୍ଟି କରେ ।ଫେନିଟଏନ ପ୍ରଥମେ ସନ ୧୯୦୮ରେ ପ୍ରସ୍ତୁତ କରାଯାଇଥିଲା ଓ ସନ ୧୯୩୬ରେ ବାତ ନିମନ୍ତେ ବ୍ୟବହୃତ ହୋଇଥିଲା । ଏହାର ନାମ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଅତ୍ୟାବଶ୍ୟକୀୟ ଔଷଧ ଚିଠାରେ ଅଛି ଯାହା ସ୍ୱାସ୍ଥ୍ୟ ସିସ୍ଟମ ନିମନ୍ତେ ଅତି ମହତ୍ତ୍ୱପୂର୍ଣ୍ଣ । ଏହା ଜେନେରିକ ଔଷଧ ନାମରେ ଉପଲବ୍ଧ ହୁଏ ଓ ଦାମିକା ନୁହେଁ । ଏହାର ହୋଲସେଲ ମୂଲ୍ୟ ଡୋଜ ପ୍ରତି ୦.୦୦୩ରୁ ୦.୧୫ ଆମେରିକୀୟ ଡଲାର । ଏହାର ମାସିକ ଚିକିତ୍ସା ଖର୍ଚ୍ଚ ଆମେରିକାରେ ୩୦ ଡଲାର ।
ଏକ ବାଦ୍ୟ ଯନ୍ତ୍ରର ନିର୍ମାଣ କିମ୍ବା ବ୍ୟବହାର ସଙ୍ଗୀତର ଧ୍ଵନି ବାହାର କରିବା ନିମନ୍ତେ ବ୍ୟବହାର କରାଯାଇଥାଏ । ମୋଟାମୋଟି ଭାବେ କୌଣସି ଧ୍ୱନି ସୃଷ୍ଟିକରୁଥିବା ବସ୍ତୁକୁ ବାଦ୍ୟଯନ୍ତ୍ର କୁହାଯାଇପାରେ । ବାଦ୍ୟଯନ୍ତ୍ରର ଇତିହାସ ମାନବ ସଂସ୍କୃତିର ଆରମ୍ଭରୁ ବୋଲି ଗଣାଯାଇଥାଏ । ଏହାର ଶୈକ୍ଷଣିକ ଅଧ୍ୟୟନକୁ ଇଂରାଜୀରେ "ଅର୍ଗାନୋଲୋଜି" କୁହାଯାଏ । ସଙ୍ଗୀତ-ବାଦ୍ୟ ରୂପରେ ଏକ ବାଦିତ ଯନ୍ତ୍ରର ତିଥି ଏବଂ ଉତ୍ପତ୍ତି ୬୭,୦୦୦ ବର୍ଷ ପୁରୁଣା ବୋଲି କୁହାଯାଏ । କେତେକଙ୍କ ମତରେ ବଂଶୀର ବୟସ ପାଖାପାଖି ୩୭,୦୦୦ ବର୍ଷ । ତେବେ ସଜ୍ଞା ନିରୂପଣର ଆଞ୍ଚଳିକତା ଓ ତିଆରି ଲାଗୁଥିବା ବସ୍ତୁର ଆପେକ୍ଷିକ ଅସ୍ଥାୟୀ ଅବସ୍ଥା ସକାଶେ ବାଦ୍ୟଯନ୍ତ୍ରର ପ୍ରକୃତ ବୟସ ଆକଳନ କରିବା ସମ୍ଭବପର ହୋଇପାରିନାହିଁ । ଅନେକ ପୁରୁଣା ବାଦ୍ୟଯନ୍ତ୍ର ଜୀବଯନ୍ତୁଙ୍କ ଚମଡ଼ା ଓ ହାଡ଼, କାଠ ଓ ଅନ୍ୟାନ୍ୟ କାଳକ୍ରମେ ନଷ୍ଟ ହୋଇଯାଉଥିବା ବସ୍ତୁରେ ତିଆରି ହେଉଥିଲା ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।