ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ଝାନସୀର ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ଵାଧୀନତା ସଂଗ୍ରାମର ଜଣେ ନାୟିକା । ସ୍ଵଦେଶ ଓ ସ୍ଵଜାତିକୁ ପରାଧୀନତାର ଶକ୍ତ ବନ୍ଧନରୁ ମୁକ୍ତ କରିବା ପାଇଁ ଯେଉଁ ନାରୀମାନେ ଆଗକୁ ମାଡି ଆସିଥିଲେ ସେମାନଙ୍କ ମଧ୍ୟରେ ଲକ୍ଷ୍ମୀବାଈ ଅଗ୍ରଗଣ୍ୟା। ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗ ଚାଳନା, ଅଶ୍ଵାରୋହଣ, ବିଭିନ୍ନ୍ ପ୍ରକାର ଶାରୀରିକ ବ୍ୟାୟମ,ଦୁର୍ଦ୍ଦାନ୍ତ ହସ୍ତୀ ମାନଙ୍କୁ ଆୟତ କରିବା ଆଦି ପୁରୁଷ ସୁଲଭ କଳାରେ ସେ ପାରଙ୍ଗମ ଥିଲେ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଡେଙ୍ଗୁ ଜ୍ୱର ଏକ ମଶା ବାହିତ (mosquito-borne ଗ୍ରୀଷ୍ମ ମଣ୍ଡଳୀୟ ରୋଗ (tropical disease) ଯାହା ଡେଙ୍ଗୁ ଭୁତାଣୁଦ୍ୱାରା (dengue virus) ହୁଏ । ଦେହରେ ସଂକ୍ରମଣ ପ୍ରବେଶ ପରେ ୩ରୁ ୧୪ ଦିନ ମଧ୍ୟରେ ଏହାର ଲକ୍ଷଣ ବାହାରେ । ଏହି ରୋଗରେ ଅଧିକ ଜ୍ୱର, ମୁଣ୍ଡ ବିନ୍ଧା, ବାନ୍ତି, ମାଂସପେଶୀ ଯନ୍ତ୍ରଣା (muscle|), ଗଣ୍ଠି ଯନ୍ତ୍ରଣା (joint pains) ଓ ଏକ ନିର୍ଦ୍ଦିଷ୍ଟ ପ୍ରକାରର ଚର୍ମ ରାସ୍ (skin rash) ହୁଏ । ଏହା ୨/୩ ଦିନ ମଧ୍ୟରେ ଉପଶମ ହୋଇଯାଏ । ଅଳ୍ପ ଅନୁପାତରେ ଏହି ରୋଗ ସାଂଘାତିକ ହୋଇ ଡେଙ୍ଗୁ ରକ୍ତସ୍ରାବୀ ଜ୍ୱରରେ ପରିବର୍ତ୍ତିତ ହୋଇ ରକ୍ତସ୍ରାବ (bleeding), ସ୍ୱଳ୍ପ ପ୍ଲାଟେଲେଟ ସ୍ତର (low levels of blood platelets), ରକ୍ତ ପ୍ଲାଜ୍ମା (blood plasma) ଝରଣ (leak) ଓ ଶେଷରେ ଡେଙ୍ଗୁ ସିଣ୍ଡ୍ରୋମ ହୁଏ ଯେଉଁଥିରେ ଅତ୍ୟଧିକ ନିମ୍ନ ରକ୍ତଚାପ (dangerously low blood pressure) ହୁଏ ।
ଇଲୋକ୍ଟ୍ରୋନିକ ମେଲ ବା ଡାକ, ସାଧାରଣତଃ ଇମେଲ ବୋଲି ୧୯୯୩ ମସିହାରୁ ଜଣାଯାଏ । ଏହା ଦ୍ୟାରା ଇଣ୍ଟରନେଟ ମାଧ୍ୟମରେ ଗୋଟିଏ ବ୍ୟବହାରକାରୀ ଅନ୍ୟ ଏକ ବ୍ୟାବ ହାରକାରୀକୁ ବାର୍ତ୍ତା ରେକର୍ଡ କରାଯାଇଥିବା ବାର୍ତ୍ତା, ଛବି , ଭିଡିଓ ଆଦି ପଠାଇ ପାରିବ । ପୂର୍ବରୁ ତତ୍-କ୍ଷାଣତ ବାର୍ତ୍ତାବାହ ଭଳି ବାର୍ତ୍ତା ପଠାଳୀ ଓ ବାର୍ତ୍ତା ଗ୍ରହଣକାରୀ ଦୁଇ ଜଣକୁ ଏକା ସମୟରେ ଅନଲାଇନ ରହିବାକୁ ପଡୁଥିଲା । କିନ୍ତୁ ବର୍ତ୍ତମାନ store-and-forward (ସଞ୍ଚୟ କରି ଆଗକୁ ବଢିବା) ପ୍ରକ୍ରିୟାକୁ ଆଧାରିତ କରି ପ୍ରସ୍ତୁତ କରାଯାଇଥିବାରୁ ଏକ ସମୟରେ ଦୁଇ ଜଣଙ୍କୁ ଅନଲାଇନ ରହିବା ଆବଶ୍ୟକ ପଡୁନାହିଁ ।
ମହାପ୍ରଭୁଙ୍କ ବେଶ ମଧ୍ୟରେ ବାଙ୍କଚୂଡ଼ା ବେଶ ଅନ୍ୟତମ। କାର୍ତ୍ତିକ ମାସର ପଞ୍ଚୁକ ମଧ୍ୟରେ ପଡୁଥିବା ଶୁକ୍ଳ ଦ୍ଵାଦଶୀ ତିଥିରେ ରତ୍ନ ସିଂହାସନରେ ଅଧିଷ୍ଠିତ ଠାକୁରଙ୍କ ବାଙ୍କଚୂଡ଼ା ବେଶ ବେଶ ଅନୁଷ୍ଠିତ ହୋଇଥାଏ। ଏହି ଦିନ ଆବକାଶ ନୀତି ଶେଷ ହେବାପରେ ପାଳିଆ ମେକାପ,ଖୁଣ୍ଟିଆ,ଚାଙ୍ଗଡା ମେକାପ ଏବଂ କେତେଜଣ ପୁଷ୍ପାଳକ ଶ୍ରୀବିଗ୍ରହଙ୍କୁ ବାଙ୍କଚୂଡ଼ା ବେଶରେ ସଜ୍ଜିତ କରିଥାନ୍ତି।
ହର ରଥ ଜଣେ ଓଡ଼ିଆ କଥାଚିତ୍ର ଏବଂ ଦୂରଦର୍ଶନ ଅଭିନେତା । ହର ଜଣେ ସହ-ନିର୍ଦ୍ଦେଶକ ଭାବରେ ୨୦୦୫ ମସିହାରେ ଓଡ଼ିଆ କଥାଚିତ୍ର ଜଗତରେ କାମ କରିବା ଆରମ୍ଭ କରିଥିଲେ । ୨୦୦୮ରେ ହର ଓଡ଼ିଆ କଥାଚିତ୍ର ବନ୍ଦେ ଉତ୍କଳ ଜନନୀ ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ସେ ଓଡ଼ିଆ କଥାଚିତ୍ରରେ ନାୟକ, ଖଳନାୟକ, ସହ-ନାୟକ ଏବଂ ପାର୍ଶ୍ୱ-ଅଭିନେତା ଭାବରେ କାର୍ଯ୍ୟ କରିଛନ୍ତି । କଥାଚିତ୍ର ବ୍ୟତୀତ ସେ ଓଡ଼ିଆ ଦୂରଦର୍ଶନରେ ମଧ୍ୟ ଅଭିନୟ କରିଛନ୍ତି ।
ପୁର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ ୧୯୩୦ରୁ ୧୯୪୦ ଭିତରେ ପ୍ରକାଶିତ ଏକ ବିଶାଳ ୭ ଖଣ୍ଡ ଓ ୯୫୦୦ ପୃଷ୍ଠାର ଓଡ଼ିଆ ଭାଷାକୋଷ ଯାହା ମୁଖ୍ୟତଃ ଗୋପାଳ ଚନ୍ଦ୍ର ପ୍ରହରାଜ (୧୮୭୪-୧୯୪୫) ଓ ତାଙ୍କର କେତେଜଣ ସହକର୍ମୀଙ୍କ ପ୍ରଚେଷ୍ଟା ଓ କେତେବର୍ଷର କଠିଣ ପରିଶ୍ରମରୁ ତିଆରି ହୋଇଥିଲା । ଏହା ଥିଲା ପ୍ରଥମ ଓଡ଼ିଆ ଭାଷାକୋଷ ।ଗୋପାଳ ଚନ୍ଦ୍ର ପ୍ରହରାଜ କେବଳ ଏଥି ନିମନ୍ତେ ଶବ୍ଦ ଖୋଜିବା ଓ ଏହାର ସମ୍ପାଦନା କରିନଥିଲେ, ସେ ଏହା ପାଇଁ ସର୍ବସାଧାରଣ ଅନୁଦାନ ଓ ଛପା ଖର୍ଚ ମଧ୍ୟ ବହନ କରିଥିଲେ ।
ଶ୍ରୀଜଗନ୍ନାଥ ଓ ପଞ୍ଚସଖା ସାହିତ୍ୟ ଏକ ଓଡ଼ିଆ ଧର୍ମ ସମ୍ବନ୍ଧିତ ବହି । ଏହା ନିରଞ୍ଜନ ସାହୁ, ଶ୍ୟାମସୁନ୍ଦର ଦାସଙ୍କଦ୍ୱାରା ସଂକଳିତ ତଥା ଅଚ୍ୟୁତବାଣୀ ପ୍ରକାଶନୀ, କଟକରୁ ୱାରା ୨୦୧୫ ମସିହାରେ ପ୍ରକାଶିତ ହୋଇଥିଲା । ପଞ୍ଚସଖା ବଳରାମ ଦାସ, ଜଗନ୍ନାଥ ଦାସ, ଅଚ୍ୟୁତାନନ୍ଦ ଦାସ, ଶିଶୁ ଅନନ୍ତ ଦାସ ଓ ଯଶୋବନ୍ତ ଦାସଙ୍କ ସାହିତ୍ୟିକ ରଚନାବଳୀ, ସାରଳା ଦାସଙ୍କ ପରବର୍ତ୍ତୀ ଓଡ଼ିଆ ସାହିତ୍ୟ ବାବଦରେ ବର୍ଣ୍ଣନା, ପଞ୍ଚସଖାଙ୍କ ସାଧନା, ଜୀବନ ଦର୍ଶନ, ସମାଜ ସଚେତନତା, ଶୂନ୍ୟବାଦୀ ଉପାସନ ଆଦି ଧାର୍ମିକ ବିଶ୍ୱାସ ଆଦିର ସମୀକ୍ଷାକୁ ନେଇ ଏହି ବହିଟି ରଚିତ । ଏଥିରେ ହରିବଂଶ ଓ ଓଡ଼ିଶାର ସାମାଜିକ ଭକ୍ତି ସଂଗଠନ, ପଞ୍ଚସଖା ସାହିତ୍ୟରେ ସଗୁଣ ଓ ନିର୍ଗୁଣର ସମନ୍ୱୟ, ଗୀତଗୋବିନ୍ଦ, ଅଚ୍ୟୁତାନନ୍ଦଙ୍କ ଜୀବନୀ, ଉତ୍କଳର ସନ୍ଥ ଓ ମାଳିକା ସାହିତ୍ୟ, ନାମ ଭଜନ ଆଦିର ସମୀକ୍ଷା, ଓ ପଞ୍ଚସଖାଙ୍କ ବିରଳ ରଚନାଗୁଡ଼ିକ ସମ୍ପର୍କରେ ସୂଚନା ସହ କିଛି ଲୋକପ୍ରିୟ ରଚନା ଏଥିରେ ସ୍ଥାନୀତ ।
ଦୁର୍ଗା ପୂଜା ଆଶ୍ଵିନ ମାସରେ ହିନ୍ଦୁମାନେ ପାଳନ କରୁଥିବା ଏକ ଉତ୍ସବ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନହେଲେ ସେତେବେଳେ ବ୍ରହ୍ମା, ଶ୍ରୀବିଷ୍ଣୁ ଓ ଶିବଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜଦ୍ଵାରା ଦୁର୍ଗାଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳଦ୍ଵାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଗଦ୍ଵାରା ଶିରଚ୍ଛେଦ କଲେ । ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ ।
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
ଗୋଟିଏ ସ୍ଵାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ଵାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ଵ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ଵାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଆମେ ଯାହା କିଛି ଦେଖୁ ତାହାର କିଛି ନା କିଛି ଆକୃତି ଥାଏ । ପତ୍ର, ଫୁଲ, ଫଳ, ବିଭିନ୍ନ ପ୍ରକାରର ସ୍ଫଟିକ- ଏ ସମସ୍ତ ପଦାର୍ଥ ବହୁବିଧ ଆକୃତିର ପରିପ୍ରକାଶ । ଆକୃତି ସଚେତନତା କେବେଳ ମଣିଷର ବିଶେଷତ୍ଵ ନୁହେଁ, ଏହା ଜୀବଜନ୍ତୁଙ୍କର ମଧ୍ୟ ପ୍ରବୃତ୍ତିଗତ । ପ୍ରବୃତ୍ତିଗତ ଆକୃତି-ସଚେତନତାର ଉପଯୋଗ କରି ମନୁଷ୍ୟ ନିଜର ସଭ୍ୟତା ଓ ଜ୍ଞାନର ଉତ୍କର୍ଷ ସାଧନ କରିପାରିଛି । ଆକୃତିଗତ ଜ୍ଞାନର ପରିମାର୍ଜନା ଫଳରେ ହିଁ ଜ୍ୟାମିତି ଶାସ୍ତ୍ରର ଉଦ୍ଭବ ହୋଇଛି । ଯାଯାବର ଅବସ୍ଥାରୁ ଓହରି ଆସି କୃଷିକର୍ମକୁ ଆଦରି ନେବା ପରେ ମନୁଷ୍ୟ ସ୍ଥାୟୀ ବସତି ସ୍ଥାପନ କଲା । ଚାଷଜମିର ଅକାର ନିର୍ଦ୍ଧାରଣ, ରାସ୍ତା ଓ ବାସଗୃହ ନିର୍ମାଣରେ ପ୍ରକୃତିରୁ ଆହରଣ ଆକୃତିଗତ ଜ୍ଞାନର ଉପଯୋଗ ହେଲା । ପରିଣାମ ସ୍ୱରୂପ ଜ୍ଞାନରାଜ୍ୟର ଏକ ବିସ୍ତ୍ରୁତ ପରିସର ଉନ୍ମୁକ୍ତ ହେଲା ଓ ତାହା ହେଉଛି ଜ୍ୟାମିତି ଶାସ୍ତ୍ର ଜ୍ୟାମିତି ଶବ୍ଦର ଅର୍ଥରୁ ଏକଥା ସ୍ପଷ୍ଟ । 'ଜ୍ୟା’ର ଅର୍ଥ ପୃଥିବୀ ଓ ‘ମିତି’ର ଅର୍ଥ ମାପ । ‘Geometry’ ଶବ୍ଦଟି ଦୁଇଟି ଗ୍ରୀକ ଶବ୍ଦ Geo (ପୃଥିବୀ) ଓ Metron (ମାପ)ରୁ ସୃଷ୍ଟି ହୋଇଛି । ଜମି ମାପ କରିବାର ଆବଶ୍ୟକତାରୁ ଜ୍ୟାମିତିର ସୃଷ୍ଟି । ମାନବ ସଭ୍ୟତାର ଅଗ୍ରଗତି ସହିତ ଜ୍ୟାମିତି ଅଭିବୃଦ୍ଧି ଜଡ଼ିତ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି ।
ରାମେଶ୍ଵର ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ଶିବ ମନ୍ଦିର । ଏହା ନବମ ଶତାଦ୍ଦୀର ଏକ ଶୈବ ମନ୍ଦିର। ଭଗବାନ ରାମ ରାବଣର ବଦ୍ଧ କରିସାରିବା ପରେ ଏହି ବାଟ ଦେଇ ଆସୁଥିବା ସମୟରେ ମାତା ସୀତା ଶିବ ପୂଜା କରିବା ପାଇଁ ମନସ୍ଥ କରିବରୁ ଶ୍ରୀରାମ ଏଠାରେ ଏକ ଶିବଲିଙ୍ଗ ପ୍ରତିଷ୍ଠା କରିଥିଲେ । ଏହା ମାଉସୀ ମା ମନ୍ଦିର ନାମରେ ବି ଜଣାଶୁଣା ଏହିଠାରେ ଲିଙ୍ଗରାଜଙ୍କ ରୁକୁଣା ରଥ ଅଶୋକାଷ୍ଟମୀ ଠାରୁ ୪ ଦିନ ପର୍ଯ୍ୟନ୍ତ ରହିଥାଏ ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ଵାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ଅନ୍ତର୍ଜାତୀୟ ଗଣତନ୍ତ୍ର ଦିବସ ପ୍ରତିବର୍ଷ ସେପ୍ଟେମ୍ବର ମାସ ୧୫ ତାରିଖରେ ପାଳିତ ହୁଏ । ଗଣତନ୍ତ୍ରର ମୂଳ ସିଦ୍ଧାନ୍ତ ବଜାୟ ରଖିବା ସହ ଏହି ବିଚାରକୁ ପ୍ରସାର କରାଇବା ଏହାର ଲକ୍ଷ୍ୟ । ବିଶ୍ୱସ୍ତରରେ ଗଣତାନ୍ତ୍ରିକ ମୂଲ୍ୟବୋଧର ଅବକ୍ଷୟ ରୋକିବା ତଥା ପାର୍ଲିଆମେଣ୍ଟର ଏ ସମ୍ପର୍କିତ ଦାୟୀତ୍ୱ ସମ୍ପର୍କରେ ଏକ ସଚେତାତା ସୃଷ୍ଟି କରାଇବା ପାଇଁ ଏହି ଅବସରରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥାଏ ।
ଶାନ୍ତନୁ ଆଚାର୍ଯ୍ୟ ଜଣେ ଖ୍ୟାତନାମା ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ପଶ୍ଚିମବଙ୍ଗର କଲିକତାଠାରେ ୧୫ ମଇ ୧୯୩୩ ମସିହାରେ ଜନ୍ମ ଲାଭ କରିଥିଲେ । ଶ୍ରୀ ଆଚାର୍ଯ୍ୟ ପ୍ରଥମେ ସମ୍ବଲପୁରର ଓରିଏଣ୍ଟ କାଗଜ କଳରେ କେମିଷ୍ଟ ଭାବେ ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ । କମ୍ପାନୀ କର୍ତ୍ତୃପକ୍ଷଙ୍କ ସହ ମନାନ୍ତର ହେବା ପରେ ୧୯୫୮ ମସିହା ଜାନୁଆରୀ ୩ତାରିଖରେ ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମହାବିଦ୍ୟାଳୟ, ପାରଳାଖେମୁଣ୍ଡିର ରସାୟନ ବିଭାଗରେ ଅଧ୍ୟାପକ ଭାବେ ଯୋଗ ଦେଇଥିଲେ । ତା'ଙ୍କ ସହ ସେହି ଦିନ ମହାପାତ୍ର ନୀଳମଣି ସାହୁ ମଧ୍ୟ ଓଡ଼ିଆ ବିଭାଗର ଅଧ୍ୟାପକ ଭାବେ ସେହି ମହାବିଦ୍ୟାଳୟରେ କାର୍ଯ୍ୟାରମ୍ଭ କରିଥିଲେ ।
ମାଣବସା ଗୁରୁବାର ଓଷା (ମାଣବସା ଓ ମାଣ ଓଷା ନାମରେ ମଧ୍ୟ ଜଣା) ଓଡ଼ିଶାରେ ପାଳିତ ଏକ କୃଷିଭିତ୍ତିକ ପର୍ବ । ଏହି ପର୍ବରେ ମହାଲକ୍ଷ୍ମୀଙ୍କୁ ଗୃହରେ ଧନଧାନ୍ୟ ବୃଦ୍ଧି ନିମନ୍ତେ ମଧ୍ୟ ପୂଜା କରାଯାଏ । ମାର୍ଗଶିର ମାସରେ ଓଡ଼ିଆ ନାରୀମାନେ ଏହି ଓଷା ପାଳନ କରିଥାନ୍ତି । ଏହି ପୂଜା ଅନ୍ୟ ଦେଶ ଓ ରାଜ୍ୟମାନଙ୍କରେ ପ୍ରଚଳନ ନାହିଁ । ମାଣବସା ଓଷାକୁ ଲକ୍ଷ୍ମୀପୂଜା ମଧ୍ୟ କୁହାଯାଏ । ଏହି ଓଷାକୁ ଓଡ଼ିଶାର ସମସ୍ତ ଜାତିର ଲୋକେ ପାଳନ କରିଥାନ୍ତି । ଏହି ସମୟରେ ଧନଧାନ୍ୟ, ବାତ୍ସଲ୍ୟ ଓ ଦୟାକ୍ଷମାର ପ୍ରତିମୂର୍ତ୍ତି ରୂପେ ଲକ୍ଷ୍ମୀଙ୍କୁ କଳ୍ପନା କରାଯାଇ ଘରର ଶ୍ରୀ, ସମୃଦ୍ଧି, ପରିଷ୍କାର-ପରିଚ୍ଛନ୍ନତା ଆଦି ପ୍ରତି ଦୃଷ୍ଟି ଦିଆଯାଇଥାଏ । ମାର୍ଗଶିର ମାସରେ ପୂଜା ଘରେ ଧାନ ମେଣ୍ଟା ବା "ଧାନବେଣୀ"ରେ ସଜାଯାଇଥାଏ । ଧାନକେଣ୍ଡାକୁ ଗୁନ୍ଥି ଏହି ମେଣ୍ଟା ବା ବେଣୀ ତିଆରି କରାଯାଏ ।
ଫରିଦା ଅଖତାର (ଜନ୍ମ: ଜୁଲାଇ ୩୦, ୧୯୫୩(1953-07-30); ଜନ୍ମସ୍ଥାନ: ଜେସର୍, ଖୁଲ୍ନା, ବଙ୍ଗଳାଦେଶ) ଜଣେ ବଙ୍ଗଳାଦେଶୀ ଅଭିନେତ୍ରୀ, ଯିଏକି ବଙ୍ଗଳାଦେଶ କଥାଚିତ୍ର ଜଗତରେ ବବିତା ନାମରେ ଜଣା । ସେ ୧୯୬୮ ମସିହାରେ ବଙ୍ଗଳାଦେଶ କଥାଚିତ୍ର ଜଗତରେ ଅଭିନୟ କରିବା ଆରମ୍ଭ କରିଥିଲେ । ୧୯୭୨ ମସିହାରେ ସେ ସତ୍ୟଜିତ ରାୟଙ୍କ କଥାଚିତ୍ର ଦିସ୍ଟାଣ୍ଟ ଥଣ୍ଡରରେ ସେ ଲୋକପ୍ରିୟତା ପାଇଥିଲେ, ଯାହାକି ୧୯୪୩ ମସିହାର ଏକ ଉପନ୍ୟାସ ଉପରେ ଆଧାରିତ ଥିଲା । ଏହି କଥାଚିତ୍ର ପାଇଁ ତାଙ୍କୁ ୧୯୭୩ ମସିହାରେ ୨୩ତମ ବର୍ଲିନ୍ ଇଣ୍ଟରନେସ୍ନାଲ୍ ଫିଲ୍ମ ଫେଷ୍ଟିଭାଲରେ ଗୋଲ୍ଡେନ୍ ବିଅର୍ ପୁରସ୍କାର ମିଳିଥିଲା । ସେ ୧୯୭୦ ଦଶକରୁ ୧୯୯୦ ଦଶକଯାଏଁ ବଙ୍ଗଳାଦେଶୀ କଥାଚିତ୍ର ଜଗତରେ ସକ୍ରିୟ ଅଭିନେତ୍ରୀ ଥିଲେ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ଵାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ହ୍ଵାଟ୍ସଆପ କୁଶଳୀ ଦୂରଭାଷ ଯନ୍ତ୍ରରେ ଚାଲୁଥିବା ଏକ ପ୍ରସିଦ୍ଧ ତତ୍-କ୍ଷଣିକ ବାର୍ତ୍ତା ପ୍ରେରଣକାରୀ ସେବା । ଏହା ସାହାଯ୍ୟରେ ଇଣ୍ଟରନେଟ୍ ମାଧ୍ୟମରେ ଗୋଟିଏ ହ୍ଵାଟ୍ସଆପ ବ୍ୟବହାରକାରୀ ଅନ୍ୟ ଏକ ବ୍ୟବହାରକାରୀଙ୍କ କୁଶଳୀ ଦୂରଭାଷ ଯନ୍ତ୍ରକୁ ଲେଖାଯାଇଥିବା ବାର୍ତ୍ତା ପଠାଇପାରନ୍ତି । ଏହା ସହିତ ଅଭିଲିଖିତ ବାର୍ତ୍ତା, ଛବି, ଭିଡିଓ ତଥା ନିଜର ଅବସ୍ଥିତି ମଧ୍ୟ ପଠାଇହୁଏ ।
ରବୀନ୍ଦ୍ରନାଥ ଠାକୁର ' ( /rəˈbindrəˈnɑ:t ˈtɑ:ɡɔr/; ଛାଞ୍ଚ:IPA-bn), (୧୮୬୧-୧୯୪୧) ଏକାଧାରରେ ଜଣେ କବି, ଚିତ୍ରଶିଳ୍ପୀ, ସଂଗୀତଜ୍ଞ, ଶିକ୍ଷାବିଦ୍, ଗାଳ୍ପିକ ଓ ଦାର୍ଶନିକ ଥିଲେ । ତାଙ୍କୁ ବଙ୍ଗଳା ଭାଷାର ସର୍ବଶ୍ରେଷ୍ଠ ସାହିତ୍ୟକ ବୋଲି ଧରାଯାଏ । ଭାରତୀୟ ଭାଷା ଅନୁସାରେ ତାଙ୍କ ନାମ ରବିଦ୍ରନାଥ ଠାକୁର ଥିଲା। ତାଙ୍କୁ "ବଙ୍ଗଳାର ପକ୍ଷୀ" ବୋଲି ଆଖ୍ୟା ଦିଆଯାଇଥିଲା।ଭାରତୀୟମାନଙ୍କ ମଧ୍ୟରେ ସେ ସର୍ବ ପ୍ରଥମେ ନୋବେଲ ପୁରସ୍କାର ଲାଭ କରିଥିଲେ । ଟାଗୋର ବହୁତ ଗଳ୍ପ, କବିତା, ଓ ନାଟକ ରଚନା କରିଥିଲେ ଓ ତା ସହ ବହୁତ ଗୀତ ଓ ସଙ୍ଗୀତ ଲେଖିଥିଲେ। ରବୀନ୍ଦ୍ରନାଥଙ୍କ ୫୨ଟି କାବ୍ୟଗ୍ରନ୍ଥ, ୩୮ଟି ନାଟକ,୧୩ଟି ଉପନ୍ୟାସ,୩୬ଟି ପ୍ରବନ୍ଧ,୯୬ କ୍ଷୁଦ୍ର ଗଳ୍ପ ଓ ୧୯୧୫ ସଙ୍ଗୀତ ପ୍ରକାଶିତ ହୋଇସାରିଛି । ରବୀନ୍ଦ୍ରନାଥଙ୍କ ରଚନା ବିଭିନ୍ନ ଭାଷାରେ ଅନୁବାଦିତ ହୋଇସାରିଛି। ଗୀତାଞ୍ଜଳିର ଲେଖକ ଓ ତାଙ୍କର ଗଭୀର ସମ୍ବେଦନଶୀଳ ,ତାଜା, ସୁମଧୁର କବିତା;୧୯୧୩ ମସିହାରେ ଗୀତାଞ୍ଜଳି କବିତାଗ୍ରନ୍ଥର ଇରାଜୀ ଅନୁବାଦ ପାଇଁ ସେ ନୋବେଲ ପୁରସ୍କାର ଲାଭ କରିଥିଲେ । ତାଙ୍କଦ୍ୱାରା ରଚିତ ସଂଗୀତ ୨ଟି ଦେଶ ନିଜନିଜ ଦେଶର ଜାତୀୟ ସଂଗୀତ ଭାବେ ବାଛି ନେଇଛନ୍ତି:ଭାରତ "ଜନ ଗଣ ମନ" ଓ ବାଂଲାଦେଶ "ଆମର୍ ସୋନାର ବଙ୍ଗଲା"। କିଛି ଉତତ୍ପନ ରାଷ୍ଟ୍ର ମଧ୍ୟଶ୍ରୀଲଙ୍କାର ଜାତୀୟ ସଂଗୀତ ଟାଗୋର ରଚନା କରିଥିଲେ,କିଛି ଲୋକ ତାଙ୍କ ରଚନା ଓ କାମଦ୍ୱାରା ଅନୁପ୍ରେରିତ ହୋଇଥିଲେ। ଗୋଟେ ପିରାଲୀ ବ୍ରାହ୍ମଣ କଲିକତାର ପୈତୃକ ସମ୍ଭ୍ରାନ୍ତ ଶ୍ରେଣୀର ଲୋକ ଜେସର ସହର ସହ ସମ୍ପର୍କ, ସେ ଯେତେବେଳେ ୮ବର୍ଷ ବୟସର ହେଇଥିଲେ ସେତେବେଳେ ସେ ଲେଖା ଆରମ୍ଭ କରିଥିଲେ . ଷୋହଳ ବର୍ଷ ବୟସ ରେ, ସେ ଉନ୍ମୋଚନ କରିଥିଲେ [[Bhānusiṃha Ṭhākurer Paḍāvalī|ତାଙ୍କର ମୂଲ୍ୟବାନ କବିତା ]କୁ ,ତାକୁ ନିଜ ଛଦ୍ମନାମରେ ବାହାର କରିଥିଲେ Bhānusiṃha ("Sun Lion"), ଯାହା ଲାଇବ୍ରେରୀରେ ସର୍ବୋଚ୍ଚ କ୍ଷମତା ଗ୍ରହଣ କରିଥିବା ବହୁଦିନରୁ ହଜିଯାଇଥିବା। ଅନୁବାଦରେ ତାଙ୍କ କବିତା ଅଧ୍ୟତ୍ମିକ ଓ ସୁଲଳିତ ଥିଲା ,କିନ୍ତୁ ତାଙ୍କର ରୁଚିପୂର୍ଣ ଗଳ୍ପ ଓ ସୁମଧୁର କବିତା ବହୁତ ସମୟ ପର୍ଯ୍ୟନ୍ତ ବଙ୍ଗଳା ବାହାରେ ଜଣା ନ ଥିଲା।୧୮୭୭ ମସିହାରେ ସେ ନିଜେ ଛୋଟ ଗଳ୍ପ ଓ ନାଟକ ନିଜ ନାମରେ ପ୍ରକାଶନ କରି ଥିଲେ। ସେ ଜଣେ ମାନବଵାଦୀ, ଭୌମିକତା, ଅନ୍ତରାଷ୍ଟ୍ରୀୟବେଦୀ ଥିଲେ। ସେ ବ୍ରିଟିଶ ଶାସନର ନିନ୍ଦା ଓ ଭାରତର ସ୍ଵଧୀନ ପାଇଁ ଓକିଲାତି କରୁ ଥିଲେ। ବଙ୍ଗଳା ପୁନଃଜାଗରଣ ର ପ୍ରତିବାଦକ ରୂପରେ ,ସେ ଚିତ୍ର, ଚିତ୍ରାଙ୍କନ ,୧୦୦ ବହି, କିଛି ୨୦୦୦ ସଂଖ୍ୟକ କବିତା,ଇଚ୍ଛାପତ୍ର ସାମିଲ ଥିଲା,ତାଙ୍କ ଦ୍ବାରା ସ୍ଥାପିତ ସ୍ଥାୟୀ ବିଶ୍ୱ ଭାରତୀୟ ବିଶ୍ୱବିଦ୍ୟାଳୟ।.
ପୌରାଣିକ ମତେ ହନୁମାନ ସୁଗ୍ରୀବଙ୍କ ଭଣଜା ଓ ରାମଚନ୍ଦ୍ରଙ୍କ ଶ୍ରେଷ୍ଠ ଭକ୍ତଭାବେ ପରିଚିତ । ଏହାଙ୍କ ମାତାଙ୍କ ନାମ ଅଞ୍ଜନା; ଏ ବାୟୁଦେବତାଙ୍କ ପୁତ୍ର । ଏ ପ୍ରଥମେ ବାଳିଙ୍କର ସେନାପତି ଥିଲେ, ପରେ ବାଳିଙ୍କର ରାଜ୍ୟରୁ ବିତାଡ଼ନ ପରେ ଏ ସୁଗ୍ରୀବଙ୍କର ପାରିଷଦ ହେଲେ ସୀତାହରଣ ପରେ ରାମଚନ୍ଦ୍ରଙ୍କର ସୁଗ୍ରୀବଙ୍କ ସଙ୍ଗେ ମିତ୍ରତା ହେବାରୁ ଏ ସୀତାଙ୍କୁ ଠାବ କରିବାକୁ ଦୂତରୂପେ ଦକ୍ଷିଣକୁ ଯାଇ ଲଙ୍କାରେ ଅଶୋକବନରେ ସୀତାଙ୍କୁ ଠାବ କରି, ତାଙ୍କୁ ଶ୍ରୀରାମଙ୍କ ସଂବାଦ ଦେଇ, ତାଙ୍କଠାରୁ ଲେଉଟ ସଂବାଦ ଓ ସଂଙ୍କେତ ଆଣି ଶ୍ରୀରାମଙ୍କୁ ଦେଇଥିଲେ । ଏ ଅତ୍ୟନ୍ତ ବଳଶାଳୀ ଥିଲେ ଓ ଭାରତବର୍ଷରୁ ଲଙ୍କାକୁ ଡେଇଁଥିଲେ ଲକ୍ଷ୍ମଣଙ୍କ ଶକ୍ତିଭେଦ ହେବାରୁ ଏ ଅମରଔଷଧି ଆଣିବାକୁ ଯାଇ ଗନ୍ଧମାର୍ଦ୍ଦନ ପର୍ବତକୁ ଉପାଡ଼ି ନିଜ ମୁଣ୍ଡରେ ବୋହି ଲଙ୍କାକୁ ଆଣିବାରୁ ଲକ୍ଷ୍ମଣଙ୍କର ପ୍ରାଣରକ୍ଷା ହେଲା । ଏ ରାବଣଙ୍କ ରାକ୍ଷସ ସେନା ସଙ୍ଗେ ଖୁବ୍ ବୀରତା ସହକାରେ ୟୁଦ୍ଧ କରି ଥିଲେ ରାମଚନ୍ଦ୍ର ଦେହ ତ୍ୟାଗ କରିବା ସମଯରେ ଏହାଙ୍କୁ ଅମରବର ଦେଇଥିଲେ । କଥିତ ଅଛି ଯେ, ଲଙ୍କା ପୋଡ଼ିବା ପରେ ହନୁମାନ୍ ନିଜ ଲାଙ୍ଗୁଡ଼ରେ ଜଳୁଥିବା ନିଆଁକୁ ହାତରେ ଓ ଗୋଡ଼ରେ ମଳି ଲିଭାଇ ଦେଇ ସେହି କରତଳକୁ ମୁଁହରେ ବୋଳି ଦେବାରୁ ତାଙ୍କ ମୁହଁ କଳା ପଡ଼ିଗଲା ଓ ତଦବଧି ତାଙ୍କ ବଂଶଧରମାନେ (ହନୁମାଙ୍କଡ଼) ମୁହଁପୋଡ଼ା ବାନ୍ଦର ହେଲେ । ଦ୍ଵାପର ଯୁଗରେ ଭୀମଙ୍କ ସଙ୍ଗେ ଗନ୍ଧମାର୍ଦ୍ଦନ ପର୍ବତରେ ଏହାଙ୍କର ଭେଟ ହୋଇଥିଲା । ହିନ୍ଦୁମାନେ ଏହାଙ୍କୁ 'ମହାବୀର' ଠାକୁର ରୁପରେ ପୁଜା କରନ୍ତି ।
ତୁଳସୀ ଏକ ଗୁଳ୍ମ ଜାତୀୟ ଉଦ୍ଭିଦ। ଏହା ଭାରତରେ ସର୍ବତ୍ର ଦେଖିବାକୁ ମିଳେ । ଏହା ଭାରତୀୟ ଜନଜୀବନ ସହିତ ଅତି ପରିଚିତ । ଏହା ସାତ ପ୍ରକାରର ହୋଇଥିଲେ ବି ପତ୍ରର ରଙ୍ଗକୁ ନେଇ ଧଳା ଓ କଳା ଭେଦରେ ଦୁଇଟି ଜାତି ପ୍ରଧାନ ଅଟେ । ଶ୍ୱେତ ତୁଳସୀର ପତ୍ରଗୁଡ଼ିକ ହାଲୁକା ରଙ୍ଗର ଥାଏ ଏହାକୁ କେହି କେହି 'ଗୌରୀ ତୁଳସୀ' ମଧ୍ୟ କହିଥାନ୍ତି । କୃଷ୍ଣ ତୁଳସୀ ପତ୍ରଗୁଡ଼ିକ ଗାଢ଼ କଳା । ଏହା ବ୍ୟତୀତ ବଣ ତୁଳସୀ ନାମକ ଆଉ ଏକ ଜାତି ରହିଅଛି । ଏହାକୁ ହିନ୍ଦୀରେ 'କାଠେରକ୍' କୁହାଯାଏ । ଔଷଧୀୟ ବ୍ୟବହାର ପାଇଁ ତୁଳସୀ ମୁଖ୍ୟତଃ କାମରେ ଲାଗିଥାଏ ।
ବାଲିଯାତ୍ରା (ଡ଼ଙ୍ଗାଭସା ବା ବୋଇତ ବନ୍ଦାଣ ନାମରେ ମଧ୍ୟ ଜଣା)ଏକ ଓଡ଼ିଆ ପର୍ବ । ବାଲିଯାତ୍ରା ଓଡ଼ିଶାର ଗୌରବପୂର୍ଣ୍ଣ ଐତିହ୍ୟର ଯାତ୍ରା । ବାଲିଯାତ୍ରା ଏପରି ଏକ ଗଣମହୋତ୍ସବ ଯାହା ଓଡ୍ର, କଳିଙ୍ଗ, ଉତ୍କଳ, ତୋଷାଳୀ, କଙ୍ଗୋଦ ଓ କୋଶଳର ସମନ୍ଵୟଭିତ୍ତିକ ଯାତ୍ରା । ଆଧୁନିକ ଓଡ଼ିଶା ଉପରୋକ୍ତ ରାଷ୍ଟ୍ରଗୁଡିକର ପରିବର୍ତ୍ତିତ ରୂପ । ଏହି ଯାତ୍ରା (ଅକ୍ଟୋବର-ନଭେମ୍ବର) କାର୍ତ୍ତିକ ମାସର ପୂର୍ଣ୍ଣିମା ଠାରୁ ଆରମ୍ଭ ହୋଇଥାଏ । ଆଗ କାଳରେ ସାଧବପୁଅମାନେ ନିଜ ବୋଇତରେ ଜାଭା, ବାଲି, ସୁମାତ୍ରା,ବୋର୍ଣ୍ଣିଓ (ଏବେକାର ଇଣ୍ଡୋନେସିଆ) ଆଦି ସ୍ଥାନକୁ ବେପାର ବଣିଜ କରିବାକୁ ଯାଉଥିଲେ ଯାହାର ସ୍ମୃତିରେ ଉପକୂଳ ଅଞ୍ଚଳମାନଙ୍କରେ ବାଲିଯାତ୍ରାର ଆୟୋଜନ କରାଯାଇଥାଏ ।ଓଡ଼ିଶାର କଟକ ସହରରେ ବୋଇତ ବନ୍ଦାଣ ବା ବାଲିଯାତ୍ରାର ମହାସମାଗମ ହୋଇଥାଏ । କାର୍ତ୍ତିକ ପୂର୍ଣ୍ଣିମା ଦିନ ଓଡ଼ିଆମାନେ ଆକାମାବୈ ଗୀତ ବୋଲି ଡଙ୍ଗା ଭସାଇଥାନ୍ତି ଓ ଓଡ଼ିଶାର ଏହି ଅତୀତର ଇତିହାସକୁ ମନେପକାଇଥାନ୍ତି । ଏହି ସମୟକୁ ସାଧବମାନେ ବେପାର-ବଣିଜ ପାଇଁ ପ୍ରକୃଷ୍ଟ ସମୟ ଭାବୁଥିଲେ କାରଣ ପବନର ଗତି ସେମାନଙ୍କ ଯାତ୍ରାକୁ ସହଜ କରୁଥିଲା । କଟକଠାରେ ବାଲିଯାତ୍ରା ପ୍ରତି ବର୍ଷ ଗଡ଼ଗଡ଼ିଆ ଘାଟ ଓ ବାରବାଟି ଦୁର୍ଗ ନିକଟରେ ଅନୁଷ୍ଠିତ ହୋଇଥାଏ। ଏଠାକୁ ଓଡ଼ିଶା ଓ ଦେଶର ବିଭିନ୍ନ ପ୍ରାନ୍ତରୁ ଅନେକ ବ୍ୟବସାୟୀ ଆସିଥାନ୍ତି । ଦେଶର ବିଭିନ୍ନ ପ୍ରାନ୍ତର ହସ୍ତ-ଶିଳ୍ପ ଦେଖିବାକୁ ମିଳିଥାଏ । ବାଲିଯାତ୍ରାରେ କଟକ ପ୍ରସିଦ୍ଧ ଦହିବରା-ଆଳୁଦମ ଓ ଠୁଙ୍କାପୁରି ଇତ୍ୟାଦି ଖାଦ୍ୟ ବହୁସ୍ଥାନରେ ବିକ୍ରିହୁଏ |
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ଵତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହାଦ୍ଵାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ଵ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ଵର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ମିଳିତ ଜାତିସଂଘ ଗୋଟିଏ ଅନ୍ତଃ -ସରକାରୀ ଅନୁଷ୍ଠାନ ଯାହା ଅନ୍ତର୍ଜାତିକ ସହଯୋଗକୁ ବିକଶିତ କରିଥାଏ । ପୂର୍ବରୁ ନିଷ୍କ୍ରିୟ ଥିବା ଥିବା କେତେକ ରାଷ୍ଟ୍ରର ଗୋଷ୍ଠୀକୁ ପରିବର୍ତିତ ରୂପ ଦେଇ ୨୪ ଅକ୍ଟୋବର ୧୯୪୫ରେ ମିଳିତ ଜାତିସଂଘର ସଂସ୍ଥାପନା ହେଇଥିଲା । ଦ୍ଵିତୀୟ ମହାସମର ପରେ ଯେମିତି ସେପରି ନ ହୁଏ ସେତେବେଳେ ୫୧ଟି ସଦସ୍ୟ ରାଷ୍ଟ୍ରକୁ ନେଇ ଗଠନ ହେଇଥିବା ମିଳିତ ଜାତିସଂଘରେ ବର୍ତମାନ ସଦସ୍ୟ ସଂଖ୍ୟା ୧୯୩ । ମିଳିତ ଜାତିସଂଘର ମୁଖ୍ୟ କାର୍ଜ୍ୟାଳୟ ନିଉୟର୍କ ସହରର ମାନହାଟ୍ଟନଠାରେ ଅବସ୍ଥିତ । ଏହା ବ୍ୟତୀତ ଜେନେଭା , ନାଇରୋବି ,ଏବଂ ଭିଏନାରେ ମଧ୍ୟ ମୁଖ୍ୟ କାର୍ଜ୍ୟାଳୟ ସବୁ ରହିଛି ।ଏହି ସଂଗଠନ ସଦସ୍ୟ ରାଷ୍ଟ୍ର ସମୂହଙ୍କ ସ୍ଵେଚ୍ଛାକୃତ ଏବଂ ଆତ୍ମ ନିର୍ଧାରିତ ଅନୁଦାନଦ୍ଵାରା ପରିଚାଳିତ ହୁଏ । ଏହାର ମୂଳ ଲକ୍ଷ୍ୟ ହେଲା ଅନ୍ତର୍ଜାତିକ ଶାନ୍ତି ଓ ସୁରକ୍ଷା ବଜାୟ ରଖିବା , ମାନବିକ ଅଧିକାରର ଅଗ୍ରାଧିକାର , ସାମାଜିକ ଓ ଅର୍ଥନୈତିକ ସନ୍ତୁଳନ ରଖିବା , ପରିବେଶର ସୁରକ୍ଷା କରିବା ଓ ମରୁଡି ବା ପ୍ରକୃତିକ ଦୁର୍ବିପାକ ସମୟରେ ମାନବିକ ସାହାଯ୍ୟ ଯୋଗେଇଦେବା , ଓ ସାମରିକ ଦ୍ଵନ୍ଦର ସମାଧାନ କରିବା ।
୧୯୪୮ ମସିହା ଏପ୍ରିଲ ୭ ତାରିଖରେ ଜାତିସଂଘ ପକ୍ଷରୁ ପ୍ରତିଷ୍ଠା ହେଇଥିଲା ବିଶ୍ଵ ସ୍ଵାସ୍ଥ୍ୟ ସଂଗଠନ(WHO)। ବିଶ୍ଵରେ ସ୍ଵାଥ୍ୟ ସେବା ସମ୍ପର୍କିତ ବିବରଣୀ ସଂଗ୍ରହ କରିବା ଏବଂ ଏହାର ମୁକାବିଲା ଦିଗରେ ଆବଶ୍ୟକ ପଦକ୍ଷେପ ନେବା ଥିଲା ଏହି ସଂଗଠନର ଉଦ୍ଦେଶ୍ୟ ।ଏହାର ମୂଖ୍ୟାଳୟ ସୁଇଜରଲାଣ୍ଡର ଜେନେଭାଠାରେ ପ୍ରତିଷ୍ଠା ହେଇଥିଲା ।ଅବଶ୍ୟ ଏହା ପୂର୍ବରୁ ସଂଗଠନ ପ୍ରତିଷ୍ଠା ଲାଗି ୧୯୪୬ ଜୁଲାଇ ୨୨ରେ ଜାତିସଂଘର ୬୧ଟି ସଦସ୍ୟ ରାଷ୍ଟ୍ର ଏକ ରାଜିନାମା ସ୍ଵାକ୍ଷର କରିଥିଲେ ।ବିଶ୍ଵ ସ୍ଵାସ୍ଥ୍ୟ ସଂଗଠନର ପ୍ରଥମ ବୈଠକ ୧୯୪୮ ଜୁଲାଇ ୨୪ରେ ଶେଷ ହେଇଥିଲା ।ପ୍ରତିଷ୍ଠା ହେବା ଦିନରୁ ସଂଗଠନ ବିଶ୍ଵରୁ ବସନ୍ତରୋଗ ସମ୍ପୁର୍ଣ୍ଣ ଭାବେ ଲୋପ କରିବା ଲାଗି ଉଦ୍ୟମ ଆରମ୍ଭ କରିଥିଲା ଏବଂ ଏଦିଗରେ ସଫଳ ମଧ୍ୟ ହେଇଥିଲା ।
କ୍ଲାଉଡ଼ ଟେକ୍ନୋଲୋଜି ଏକ ଇଣ୍ଟରନେଟଦ୍ଵାରା ପ୍ରଚଳିତ ଟେକ୍ନୋଲୋଜି । ଏହାକୁ ଅନ୍ ଡିମାଣ୍ଡ କମ୍ପ୍ୟୁଟିଙ୍ଗ ମଧ୍ୟ କୁହାଯାଏ । ଏଠାରେ ଡାଟା ଓ ରିସୋରସ୍ ଗୁଡିକ ଏକ ଗ୍ରୁପ୍ ମଧ୍ୟରେ ଯୋଡି ହୋଇଥିବା କମ୍ପୁଟର ସହିତ ବଣ୍ଟନ କରାଯାଇଥାଏ । ଏକ ଗ୍ରୁପ୍ରେ ଯୋଡିହୋଇରହିଥିବା କମ୍ପୁଟର ମାନଙ୍କୁ ଏକ ସମୂହକୁ ଏହି ଡାଟା ଏବଂ ରିସୋରସ୍ ସବୁ ଦେଖିପାରିବେ । କ୍ଲାଉଡ୍ କମ୍ପୁଟିଂଗ୍ ଓ ଷ୍ଟୋରେଜ୍ ସଲୟୁସନ୍ କ୍ଲାଉଡ୍ ଟେକ୍ନୋଲଜି ବ୍ୟବହାରକାରିଙ୍କୁ ଓ ସଂସ୍ଥା ମାନଙ୍କୁ ଷ୍ଟୋରେଜ୍ ପାଇଁ ଜାଗା ପ୍ରଦାନ କରେ ଓ ଥାର୍ଡ ପାର୍ଟି ଡାଟା ସେଣ୍ଟର୍ଦ୍ଵାରା ତାଙ୍କର ଷ୍ଟୋର କରିଥିବା ଡାଟାକୁ ପ୍ରକ୍ରିୟା କରିବାର କ୍ଷମତା ଦିଏ । କ୍ଲାଉଡ୍ ଟେକ୍ନୋଲାଜି ନେଟୱର୍କିଂ ପାଇଁ ଏକ ଆଦର୍ଶ । ଏହା ସର୍ବବ୍ୟପୀ, ସୁବିଧାଜନକ, ଓ ଅନ୍-ଡିମାଣ୍ଡରେ (ଆବଶ୍ୟକତା ଅନୁସାରେ) ଏକ ନେଟୱର୍କ୍-କମ୍ପୁଟର ରିସୋର୍ସକୁ ନିଜର କ୍ଲାଉଡ୍ର ରିସୋର୍ସ୍ ବ୍ୟବହାର କରିବାର ଅନୁମତି ଓ ସୁବିଧା ମଧ୍ୟ ପ୍ରଦାନ କରିଥାଏ । ବଦଳ କରିହେଉଥିବା କମ୍ପ ରେସୋର୍ସ୍ ନେଟ୍ଵର୍କ, ସର୍ଭର, ଷ୍ଟୋରେଜ, ଆପ୍ଲିକେସନ୍ ଓ ସର୍ଭିସ୍ର ଏକ ସମୁହ । ଏହାକୁ ଅତି ଶୀଘ୍ର ଭାବରେ ଅଳ୍ପ ଖର୍ଚରେ ମ୍ୟନେଜ୍ କରିହୁଏ । ପ୍ରସ୍ତାବକ ଏହା ଦାବୀ କରନ୍ତି ଯେ କ୍ଲାଉଡ କମ୍ପ୍ୟୁଟିଙ୍ଗ୍ ବଡ ବଡ ଅନୁଷ୍ଠାନ ମାନଙ୍କୁ ନିଜର ପରିକଳ୍ପନା ଉପରେ ନିଜର ଧ୍ୟାନ କନ୍ଦ୍ରିତ କରି ଇନ୍ଫାଷ୍ଟ୍ରକ୍ଚର ଖର୍ଚ କମ କରିବାରେ ସାହଜ୍ୟ କରିଥାଏ । ଏହି ଅନୁଷ୍ଠାନ ଗୁଡିକ ଏହା ମଧ୍ୟ ଦାବି କରନ୍ତି ଯେ ଉଦ୍ୟୋଗ କର୍ମୀ ମାନଙ୍କ ପାଇଁ ତାଙ୍କର ଆପ୍ଲିକେସନକୁ ଦ୍ରୁତ ଗତିରେ ଚଳାଇବା ପାଇଁ ଓ ଅଧିକ ସୁବିଧାରେ ଓ କମ୍ ଭରଣପୋଷଣ କରି ଚଳାଇରଖିବାକୁ କ୍ଲାଉଡ ଟେକ୍ନୋଲଜି ସୁବିଧା ପ୍ରଦାନ କରେ । ଆଇ.ଟିର ଦ୍ରୁତଗତିରେ ବୃଦ୍ଧି ହେଉଥିବା ବେଳେ ବ୍ୟବସାୟ ଡିମାଣ୍ଡ ଓ ବୃଦ୍ଧି-ହ୍ରାସକୁ ସଠିକ୍ ଭାବରେ ବ୍ୟବସ୍ଥିତ କରିବା ପାଇଁ ମଧ୍ୟ କ୍ଲାଉଡ୍ ଟେକ୍ନୋଲଜି ସହଜୋଗ କରିଥାଏ ।
ଚିଲିକା ଓଡ଼ିଶାର ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ବ୍ୟାପିଥିବା ଏକ ଲବଣାକ୍ତ ହ୍ରଦ । ଏହା ଓଡ଼ିଶାର ସବୁଠୁ ବଡ଼ ହ୍ରଦ । ଅଂଶୁପା ଓ ସର ମଧୁରଜଳ ହ୍ରଦ ହୋଇଥିବା ବେଳେ ଚିଲିକା ହେଉଛି ଲବଣାକ୍ତ ଜଳ ( Brackish Water) ହ୍ରଦ। ଏଠାରେ ଥିବା ନଳବଣ ବିଦେଶୀ ପକ୍ଷୀମାନଙ୍କ ଶୀତକାଳୀନ ବାସସ୍ଥାନ । ଚିଲିକାରେ ଶୀତଦିନ ବିତାଇବା ପାଇଁ ଏମାନେ ହଜାର ହଜାର ମାଇଲ ଉଡ଼ି ସୁଦୂର ଉତ୍ତର ଗୋଲାର୍ଦ୍ଧ ଓ ସାଇବେରିଆ ଅଞ୍ଚଳରୁ ଆସନ୍ତି । ଏଠାରେ ଥିବା ପରିକୁଦ ଓ ମାଲୁଦ ଦ୍ଵୀପରେ ଥିବା ମନ୍ଦିର ପର୍ଯ୍ୟଟକମାନଙ୍କ ପାଇଁ ଅନ୍ୟତମ ଆକର୍ଷଣ । ପ୍ରକୃତିର ବିବିଧତା ଏଠାରେ ଫୁଟିକରି ଦେଖାଯାଏ । ବିଭିନ୍ନ ପ୍ରକାରର ପକ୍ଷୀ, ସାମୁଦ୍ରିକ ପ୍ରାଣୀ, ଉଦ୍ଭିଦମାନଙ୍କର ଏହା ଗନ୍ତାଘର ।
ଓଡ଼ିଆ ଭାଗବତ ଜଗନ୍ନାଥ ଦାସଙ୍କ ରଚିତ ଓଡ଼ିଆ ଭାଷାର ଏକ ପୁରାତନ ସାହିତ୍ୟିକ ପୁରାଣ କୃତି । ଏହା ୧୪ଶ ଶତାବ୍ଦୀରେ ରଚିତ ।, ଭାଗବତ ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ଏହି ପୋଥିମାନଙ୍କୁ ଏକାଠି କରି ତାହାକୁ ଛପା ବହି ଆକାରରେ ପ୍ରକାଶ କରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଟୁଙ୍ଗି ଓ ଭାଗବତ ଗାଦି/ଭାଗବତ ଗୋସାଇଁ ଆଦି ସାମୁହିକ ଭାଗବତ ପାଠ ପାଇଁ ରହିଥିଲା । ଜଗନ୍ନାଥଙ୍କ ପାଖେ ମଧ୍ୟ ଭାଗବତ ପଢ଼ାଯାଏ । ଏହା ଆଗ କାଳରେ ଭାଗବତ ଟୁଙ୍ଗି ମାନଙ୍କରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ହେତୁ ଏହା ଓଡ଼ିଆ ଘର ମାନଙ୍କରେ ବୋଲାଯାଇଥାଏ । ଭାଗବତ ପ୍ରତି ଓଡ଼ିଆ ଘରେ ସନ୍ତାନ ଜନ୍ମ ହେବା ଏନ୍ତୁଡ଼ିଶାଳରେ, ମୁମୂର୍ଷର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ, ମହାମାରୀ, ହଇଜା ଓ ଗ୍ରାମର ଅନିଷ୍ଟ ଆଶଙ୍କା ଭୟରେ ଭାଗବତ ପାଠ କରାଯାଉଥିଲା ।
ଗୋପାଳ ଛୋଟରାୟ (୧୯୧୬ - ୨୨ ଜାନୁଆରୀ ୨୦୦୩) ଜଣେ ଓଡ଼ିଆ ନାଟ୍ୟକାର । ଓଡ଼ିଶାର ଗୀତିନାଟ୍ୟ, ପାଲା, ଗହନ ଆଦିରେ ସଂସ୍କାର ଆଣିବାରେ ସେ ପ୍ରୟାସ କରିଥିଲେ । ସାଧାରଣ ମଣିଷର ଜୀବନଧାରଣ ଓ ନିତିଦିନିଆ ଚଳଣିକୁ ନେଇ ତାଙ୍କର ନାଟକ ସବୁ ଜୀବନ୍ତ । ସେ ଶତାଧିକ ମଞ୍ଚ ଓ ବେତାର ନାଟକ ଏବଂ ଅନେକ ଚଳଚ୍ଚିତ୍ରରେ ସଂଳାପ ରଚନା କରିଛନ୍ତି । ସେ ମଧ୍ୟ ଅନେକ ହିନ୍ଦୀ, ମରାଠୀ ଓ ଗୁଜରାଟୀର ନାଟକକୁ ଓଡ଼ିଆ ଭାଷାରେ ରୂପାନ୍ତର କରିଛନ୍ତି ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଗରୁଡ ଗୋଟିଏ ପକ୍ଷୀ ଜାତିର ପ୍ରାଣୀ । ହିନ୍ଦୁ ଓ ବୌଦ୍ଧ ଧର୍ମଗ୍ରନ୍ଥରେ ଗରୁଡ ବିଷୟରେ ଅନେକ କିଛି ଲେଖା ଥିବାର ଜଣାପଡେ । ହିନ୍ଦୁ ଧର୍ମ ଅନୁଯାୟୀ, ଗରୁଡ ବିଷ୍ଣୁଙ୍କ ବାହାନ ରୂପେ ଜଣାଶୁଣା । ହିନ୍ଦୁ ଶାସ୍ତ୍ରରେ ବର୍ଣିତ ବିଷ୍ଣୁଙ୍କ ବାହନ ଗରୁଡଙ୍କୁ ଦେବତା ରୂପେ ମଧ୍ୟ ପୂଜା କରାଯାଏ । ଗରୁଡ ସର୍ପଜାତୀୟ ପ୍ରାଣୀ ତଥା ନାଗ ସାପ ଜାତୀୟ ପ୍ରାଣୀର ଗୋଟିଏ ପରମ ଶତୃ ଭବେ ପରିଚିତ। ଗରୁଡ ବିଭିନ୍ନ ନାମରେ ଜଣାଶୁଣା ଯଥା:- ଚିରାଗ, ଗଗନେଶ୍ଵର, କାମାୟୁଷ, କାଶ୍ୟପି,ଖଗେଶ୍ଵର, ସୁଧାହରା, ତାରକ୍ଷ ଇତ୍ୟାଦି । ଭାଗବତ ଗୀତାରେ ବର୍ଣିତ ତଥ୍ୟ ଅନୁଯାୟୀ, କୁରୁକ୍ଷେତ୍ର ଯୁଦ୍ଧ ସମୟରେ ଶ୍ରୀକୃଷ୍ଣ ଗରୁଡଙ୍କୁ ପକ୍ଷୀରାଜ ବୋଲି ଆଖ୍ୟା ଦେଇଥିଲେ ।ଯଦିଓ ଆଜିର ଯୁଗରେ ବିରଳପ୍ରାୟ ଏହି ପ୍ରାଣୀ ଦେଖିବାକୁ ମିଳେନାହିଁ ତଥାପି ଅନେକାଂଶ ସ୍ଥାନରେ ଛଞ୍ଚାଣ ଓ ଅମରପକ୍ଷୀକୁ ଗରୁଡ ଜାତୀୟ ପ୍ରାଣୀ ବୋଲି ପ୍ରସ୍ତୁତ କରାଯାଇଥାଏ । ଅନେକ ଧର୍ମଗ୍ରନ୍ଥରେ ଏହାକୁ ଏକ କାଳ୍ପନିକ ଜୀବରୂପେ ଚିତ୍ରଣ କରାଯାଇଛି । ହିନ୍ଦୁଧର୍ମ ଗ୍ରନ୍ଥ ଓ ପୁରାଣ ଇତ୍ୟଦିରେ ଗରୁଡକୁ ଏକ ଭିନ୍ନ ଜାତୀୟ ମନୁଷ୍ୟ ଓ ପକ୍ଷୀର ଏକ ମିଶ୍ରଣ ପ୍ରାଣୀ ଭାବରେ ଚିତ୍ରଣ କରାଯାଇଛି । ଗରୁଡର କର୍ମ ଓ ଚରିତ୍ରକୁ ହିନ୍ଦୁ ଓ ବୌଦ୍ଧ ଧର୍ମ ଗ୍ରନ୍ଥରେ ଅତି ନିଖୁଣ ଭାବେ ବର୍ଣ୍ଣନା କରାଯାଇଛି । ହିନ୍ଦୁ ଧର୍ମଗ୍ରନ୍ଥ ମହାଭାରତରେ ଗରୁଡର ଜନ୍ମ ଓ କର୍ମ ବିଷୟରେ ସବିଶେଷ ବ୍ୟାଖ୍ୟା କରାଯାଇଛି । ଉକ୍ତ ଗ୍ରନ୍ଥରେ ଥିବା ବର୍ଣ୍ଣନା ଅନୁଯାୟୀ କାଶ୍ୟପ ୠଷିଙ୍କୁ ଗରୁଡଙ୍କ ପିତା ଭାବେ ବର୍ଣ୍ଣନା କରାଯାଇଛି । ପ୍ରଜାପତି ଦକ୍ଷଙ୍କ ଦୁଇ କନ୍ୟା ବିନତା ଏବଂ କଦରୁଙ୍କୁ ସେ ବିବାହ କରିଥିଲେ । କାଶ୍ୟପ ଋଷି ନିଜର ଦୁଇ ପତ୍ନୀଙ୍କୁ ସେମାନଙ୍କ ଇଚ୍ଛା ମୁତାବକ, ବିନତାଙ୍କୁ ଦୁଇଟି ପୁତ୍ର ଓ କଦୁରୁଙ୍କୁ ଶହେଗୋଟି ସର୍ପ ଜାତୀୟ ପୁତ୍ର ପ୍ରାପ୍ତ ନିମନ୍ତେ ବରଦାନ କରିଥିଲେ । ଫଳସ୍ଵରୁପ ବିନତାଙ୍କ ଗର୍ଭରୁ ଯେଉଁ ଶିଶୁଟି ଜନ୍ମ ଲାଭ କଲା ସେ ଦେଖିବାକୁ ଉଭୟ ମନୁଷ୍ୟ ଓ ପକ୍ଷୀ ଜାତୀୟ ମିଶ୍ରଣ ପ୍ରାଣୀ ସ୍ଵରୁପ ଏକ ବିରଳ ଶିଶୁ ଥିଲା, ଏବଂ ଯାହାକୁ ଗରୁଡ ଗରୁଡ ନାମରେ ନାମକରଣ କରାଯାଇଥିଲା ।ଗରୁଡ ଭଗବାନ ବିଷ୍ଣୁଙ୍କ ବାହାନ ହୋଇଥିବା ଯୋଗୁଁ ହିନ୍ଦୁଧର୍ମର ବୈଷ୍ଣବ ଧର୍ମାନୁଷ୍ଠାନ ଓ ମନ୍ଦିର ସମ୍ମୁଖରେ ଗରୁଡ ସ୍ତମ୍ବ ଅଥବା ଗରୁଡ ପ୍ରତିମୁର୍ତ୍ତି ପୂଜାପାଇଥାଏ । ଏପରିକି ମହାଭାରତରେ ବର୍ଣିତ ତଥ୍ୟ ଅନୁଯାୟୀ ଗୁରୁ ଦ୍ରୋଣାଚାର୍ଯ୍ୟ ନିଜର ସେନାବାହିନୀକୁ ଗରୁଡ ସେନା ନାମରେ ନାମିତ କରିଥିଲେ ଓ ପ୍ରଭୁ ଶ୍ରୀକୃଷ୍ଣ ନିଜର ନନ୍ଦିଘୋଷ ରଥର ପତାକରେ ଗରୁଡ ଚିହ୍ନକୁ ସ୍ଥାନ ଦେଇଥିଲେ । ପୁରୀ ରଥ ଯାତ୍ରା ସମୟରେ ଜଗନ୍ନାଥଙ୍କ ନନ୍ଦିଘୋଷ ରଥର ପତାକରେ ମଧ୍ୟ ଗରୁଡ ଚିହ୍ନ ପ୍ରତୀୟମାନ ହୁଏ ।
ଅଶ୍ଵତ୍ଥାମାତଥା ଦାରୁଣୀ ନାମରେ ପରିଚିତ ଚରିତ୍ର ମହାଭାରତର ଅନ୍ୟତମ ଚର୍ଚ୍ଚିତ ଚରିତ୍ର । ଗୁରୁ ଦ୍ରୋଣଙ୍କ ପୁତ୍ର ତଥା ବ୍ରାହ୍ମଣ ବିଦ୍ଵାନ ଭରଦ୍ଵାଜଙ୍କ ପୌତ୍ର ଅଶ୍ଵତ୍ଥାମା ଜଣେ ମହାରଥୀ ତଥା ଯୋଧ୍ୟା । କୁରୁକ୍ଷେତ୍ର ଯୁଦ୍ଧରେ ସେ କୌରବଙ୍କ ତରଫରୁ ବିଶେଷ ଭାବରେ ଅବଦାନ ଦେଇଥିବା ଯୋଧ୍ୟା ହିସାବରେ ମହାଭାରତରେ ପରିଚିତ । ତାଙ୍କୁ ପୁରାଣ ବର୍ଣ୍ଣିତ ରୁଦ୍ରଙ୍କ ୧୧ ଅବତାର ଭିତରୁ ଗୋଟିଏ ଅବତାର ବୋଲି ମଧ୍ୟ କୁହାଯାଏ । କଥିତ ଅଛି ସେ ଚିରଞ୍ଜିବୀ ( ଅମର) ଥିଲେ ଓ କୁରୁକ୍ଷେତ୍ର ଯୁଦ୍ଧରେ ନିହତ ହେଇ ନଥିବା କୌରବ ପକ୍ଷ୍ର ଜଣେମାତ୍ର ଯୋଦ୍ଧା ।
ପାରାଦୀପ ବନ୍ଦର (20°15′55.44″N 86°40′34.62″E) ଜଗତସିଂହପୁର ଜିଲ୍ଲାରେ ଅବସ୍ଥିତ ଏକ କୃତ୍ରିମ ବନ୍ଦର । ଏହା ମହାନଦୀ ଓ ବଙ୍ଗୋପସାଗରର ମିଳନସ୍ଥଳୀରେ ଅବସ୍ଥିତ। ଏହା ଓଡ଼ିଶାର ଏକମାତ୍ର ଓ ଭାରତର ୧୧ଶ ବୃହତ ବନ୍ଦର ଅଟେ । ଏହି ବନ୍ଦର ଦେଇ ମୁଖ୍ୟତଃ ଲୌହପଥର ଓ କୋଇଲା ରପ୍ତାନୀ କରାଯାଉଥିଲା ବେଳେ ରାଜ୍ୟରେ ଅବସ୍ଥିତ ଇସ୍ପାତ କାରଖାନା ନିମନ୍ତେ କୋକିଙ୍ଗ କୋଇଲା ତଥା ସାର କାରଖାନା ନିମନ୍ତେ ଫସପେଟ ଆଦି ଆମଦାନୀ କରାଯାଇଥାଏ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।