ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ନୁସରତ ଫରିୟା ମଜହାର (pronounced [nusrʌt ˈfʌrɪə]; ଜନ୍ମ: ୮ ସେପ୍ଟେମ୍ବର, ୧୯୯୩) ଜଣେ ବଙ୍ଗଳାଦେଶି ଅଭିନେତ୍ରୀ, ମଡେଲ ତଥା ଉପସ୍ଥାପିକା । ବିଜ୍ଞାପନରେ ଗ୍ଲାମର ଏବଂ ଭିନ୍ନଧରଣର ଉପସ୍ଥାପନା ଶୈଳୀ ପାଇଁ ସେ ମୁଖ୍ୟତଃ ପରିଚିତା । ନୁସରତ ୨୦୧୫ ମସିହାରେ ବଙ୍ଗଳାଦେଶୀ କଥାଚିତ୍ର ଜଗତରେ ଅଭିନୟ କରିବା ଆରମ୍ଭ କରିଥିଲେ । ତାଙ୍କର ପ୍ରଥମ ଚଳଚ୍ଚିତ୍ର ଥିଲା ଆଶିକୀ, ଯାହାକି ଭାରତ-ବଙ୍ଗଳାଦେଶର ଯୌଥ ପ୍ରଯୋଜନାରେ ନିର୍ମିତ ହୋଇଥିଲା । ଏହି କଥାଚିତ୍ରଟିର ତେଲୁଗୁ ଅଭିନେତା ନିତୀନ ଓ ନିତ୍ୟାଙ୍କର ଚଳଚ୍ଚିତ୍ର ଇସ୍କର କାଥାବସ୍ତୁ ଉପରେ ଆଧାରିତ ଥିଲା । ଏହି କଥାଚିତ୍ର ପାଇଁ ତାଙ୍କୁ ମେଲିଲ ପ୍ରଥମ ଆଲୋ ପୁରସ୍କାର ଉତ୍ସବରେ ଶ୍ରେଷ୍ଠ ନବାଗତ ପୁରସ୍କାର ମିଳିଥିଲା ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ମାହିୟା ମାହି (ବଙ୍ଗାଳୀ: মাহিয়া মাহি; ଜନ୍ମ: ୨୭ ଅକ୍ଟୋବର ୧୯୯୩) ଜଣେ ବଙ୍ଗଳାଦେଶୀ ଅଭିନେତ୍ରୀ, ଯିଏକି ମୁଖ୍ୟତଃ ବଙ୍ଗଳାଦେଶୀ କଥାଚିତ୍ର ଜଗତରେ ଅଭିନୟ କରନ୍ତି । ସେ ୨୦୧୨ ମସିହାରେ ବଙ୍ଗଳାଦେଶୀ କଥାଚିତ୍ର ଜଗତରେ ଅଭିନୟ କରିବା ଆରମ୍ଭ କରିଥିଲେ । ତାଙ୍କ ଅଭିନୀତ ପ୍ରଥମ କଥାଚିତ୍ର ଥିଲା ଭଲବାସର ରଙ୍ଗ, ଯାହାକି ସେତେବେଳେ ବଡ଼ ସଫଳତା ପାଇଥିଲା । ସେ ବଙ୍ଗଳାଦେଶ କଥାଚିତ୍ର ଜଗତରେ ତାଙ୍କର ପେଶା ଆରମ୍ଭ କରିବାପରେ ଜଣେ ସଫଳ ଅଭିନେତ୍ରୀ ଭାବରେ ନିଜକୁ ପ୍ରତିଷ୍ଠିତ କରିଥିଲେ ଏବଂ ରଙ୍ଗୀନ ଦୁନିଆରେ ଅଧିକ ଲୋକପ୍ରିୟ ଅଭିନେତ୍ରୀ ଭାବରେ ସେ ଜଣା । ବର୍ତ୍ତମାନ ସେ ବଙ୍ଗଳାଦେଶ କଥାଚିତ୍ର ଜଗତର ଅଧିକ ପାରିଶ୍ରମିକ ନେଉଥିବା ଅଭିନେତ୍ରୀ ।
ଗୋଟିଏ ସ୍ଵାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ଵାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ଵ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ବଳିଆ କୁକୁର (ଭାରତରେ “ଢୋଲ୍” ଭାବେ ପରିଚିତ, ଜୀବ ବିଜ୍ଞାନ ନାମ Cuon Alpinus, ସମ୍ଵଲପୁରୀ ଭାଷାରେ କୋକବଲିଆ) ମଧ୍ୟ ଏସିଆ, ଦକ୍ଷିଣ ଏସିଆ ଓ ଦକ୍ଷିଣ-ପୂର୍ବ ଏସିଆରେ ଦେଖାଯାଉଥିବା ଏକ ଶ୍ଵାନ ଜାତୀୟ ପ୍ରାଣୀ । ବଳିଆ କୁକୁରକୁ ଭାରତର ଅନ୍ୟ ସ୍ଥାନ ମାନଙ୍କରେ ଲୋକେ ଢୋଲ୍, ଏସୀୟ ଜଙ୍ଗଲୀ କୁକୁର, ଭାରତୀୟ ଜଙ୍ଗଲୀ କୁକୁର, ହ୍ଵିସିଲ୍ ଶବ୍ଦକାରୀ କୁକୁର, ଲାଲ୍ କୁକୁର ଓ ପର୍ବତୀୟ ଗଧିଆ ମଧ୍ୟ କୁହନ୍ତି । ଜିନ୍ ଦୃଷ୍ଟିରୁ ଏହା ଶ୍ଵାନ ପ୍ରଜାତୀୟ ପ୍ରାଣୀଙ୍କ ନିକଟତମ, କିନ୍ତୁ ଏହାର ଖପୁରି ସମଜାତୀୟ ପ୍ରାଣୀଙ୍କ ଭଳି ଅବତଳ ନହୋଇ ସାମାନ୍ୟ ଉତ୍ତଳ ହୋଇଥାଏ । ଏହି ଦୁଇ ପ୍ରଜାତିଙ୍କ ଥୋଡ଼ି ବା ମୁହଁର ଗଠନରେ ମଧ୍ୟ ତଫାତ ଥାଏ । ପ୍ଲାଇଷ୍ଟୋସିନ୍ ସମୟରେ ବଳିଆ କୁକୁର ଏସିଆ, ଇଉରୋପ ଏବଂ ଉତ୍ତର ଆମେରିକାରେ ବହୁ ପରିମାଣରେ ଚଳପ୍ରଚଳ କରୁଥିଲେ କିନ୍ତୁ ପ୍ରାୟ ୧୨,୦୦୦ରୁ ୧୮,୦୦୦ ବର୍ଷ ପୂର୍ବେ ସେମାନଙ୍କ ଭୌଗୋଳିକ ଅବସ୍ଥିତି କ୍ରମେ ସୀମିତ ହେବାକୁ ଲାଗିଲା ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ବଳଦେବ ରଥ (୧୭୮୯ - ୧୮୪୫) ଗଞ୍ଜାମ ଜିଲ୍ଲାର ଜଣେ ଓଡ଼ିଆ ରୀତି ଯୁଗର କବି । ସେ କବିସୂର୍ଯ୍ୟ ଭାବେ ପରିଚିତ । ଏକାଧାରରେ ଜଣେ କବି ଓ ସଙ୍ଗୀତକାର ଭାବରେ କବିତା, ଚମ୍ପୂ ଆଦିର ରଚନା କରି ସ୍ଵରସଂଯୋଜନା କରିଥିଲେ । ଗଞ୍ଜାମ ଜିଲ୍ଲାର ଢୁମ୍ପା ସଙ୍ଗୀତକୁ କବିସୂର୍ଯ୍ୟ ଆରମ୍ଭ କରିଥିଲେ ଓ ଗୀତ ରଚନା କରିଥିଲେ । ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।
ଭୂମିକମ୍ପ ଏକ ପ୍ରକୃତିକ ଦୁର୍ବିପାକ ଅଟେ । ଇଂରାଜୀରେ ଏହାକୁ earthquake, quake, tremor ବା temblor କୁହାଯାଏ । ପୃଥିବୀ ପୃଷ୍ଠରୁ ହଠାତ ବହୁତ ପରିମାଣରେ ଶକ୍ତି ନିର୍ଗତ ହେବା ଯୋଗୁଁ ଭୂକମ୍ପୀୟ ତରଙ୍ଗ (seismic wave) ସୃଷ୍ଟି କରେ । ଭୂଗର୍ଭସ୍ଥ ଶିଳାସ୍ତରରେ ଥିବା ତୃଟି ସ୍ଥଳ ଭାଙ୍ଗିଯିବା ଯୋଗୁ ସାଧାରଣତଃ ଭୂମିକମ୍ପ ହୁଏ । ସେଠାରେ ଥିବା ଦୁଇଟି ଶିଳା ବା ପ୍ଲେଟ ପରଷ୍ପର ସହ ଘସି ହୋଇ ସାମାନ୍ୟ ଲାଖିଯାଆନ୍ତି । ସେଗୁଡ଼ିକ ପରଷ୍ପରକୁ ଠେଲୁଥାଆନ୍ତି । ବେଳେ ବେଳେ ଚାପ ଅତ୍ୟାଧିକ ହେଲେ ସେଗୁଡ଼ିକ ଭାଙ୍ଗିଯାଏ ଓ ଭୂମିକମ୍ପ ହୁଏ । ଏହି ସମୟରେ ମଧ୍ୟ ଶିଳା ସ୍ତର ଘୁଞ୍ଚୁଥାଏ । ଆଉଥରେ ଯେତେବେଳେ ଦୁଇ ସ୍ତର ଲାଖିଯାଆନ୍ତି ସେତେବେଳେ ଏହା ବନ୍ଦ ହୁଏ । ଏହି ଚାପଗ୍ରସ୍ତ ସ୍ଥାନର ଠିକ୍ ଉପରକୁ ଥିବା ଭୂପୃଷ୍ଠକୁ ଏପିସେଣ୍ଟର କୁହାଯାଏ । ଭୂମିକମ୍ପର ଆବୃତ୍ତି, ଆକାର ଓ ଟାଇପକୁ ସିସ୍ମିସିଟି, ସିସ୍ମିଜିମ୍ କିମ୍ବା ସିସ୍ମିକ କ୍ରିୟା କୁହାଯାଏ ।
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ଵବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ଵବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ଫଗୁନ ଓଡ଼ିଶାର ଭୁବନେଶ୍ୱରଠାରୁ ଓଲ ଚିକି ଲିପିରେ ସାନ୍ତାଳୀ ଭାଷାରେ ପ୍ରକାଶିତ ଏକ ମାସିକ ପତ୍ରିକା । ୨୦୦୮ ମସିହା ମଙ୍ଗତ ମୁର୍ମୁ ପତ୍ରିକାଟିର ପ୍ରତିଷ୍ଠା କରିଥିଲେ ଏବଂ ମାଳତୀ ମୁର୍ମୁ ଏହାର ସମ୍ପାଦିକା । ଏହା ଭାରତର ସାନ୍ତାଳୀରେ ପ୍ରକାଶିତ ଏକମାତ୍ର ସଂବାଦପତ୍ର । ପ୍ରତି ସଂସ୍କରଣର ମୂଲ୍ୟ ୫ ଟଙ୍କା । ଏହାର ସମ୍ପାଦନା ନିମନ୍ତେ ମାଳତୀ ମୁର୍ମୁ ୨୦୧୬ରେ ଟେଲିଗ୍ରାଫ ଲେଜେଣ୍ଡ ପୁରସ୍କାର ଲାଭ କରେଥିଲେ । ଫଗୁନ ୫୦୦ଟି ସଂସ୍କରଣରୁ ଆରମ୍ଭ ହୋଇ ୨୦୧୮ ବେଳକୁ ୫୦୦୦ଟି ସଂସ୍କରଣ ପ୍ରକାଶ କରୁଛି । ସଂବାଦପତ୍ରଟି ସାରା ଭାରତରେ ଏପରିକି ଆଣ୍ଡାମାନ ଓ ନିକୋବର ଦ୍ବୀପପୁଞ୍ଜରେ ମଧ୍ୟ ପହଞ୍ଚିଥାଏ ।ଫଗୁନ କେବଳ ଖବର ପ୍ରକାଶ କରେ ନାହିଁ ବରଂ ଏହା ଏକ ସାଂସ୍କୃତିକ ପତ୍ରିକା । ଏଥିରେ ସଂକ୍ଷିପ୍ତ ଗଳ୍ପ ଏବଂ କବିତା, ଗୁରୁତ୍ତ୍ୱପୂର୍ଣ୍ଣ ଘଟଣା ସମ୍ପର୍କରେ ସମୀକ୍ଷା ଏବଂ ଖବର ଛପାଯାଇଥାଏ । ମହିଳା ଏବଂ ଶିଶୁମାନଙ୍କ ପାଇଁ, ରନ୍ଧନ ପ୍ରଣାଳୀ ଆଦି ନିମନ୍ତେ ବିଭିନ୍ନ ଅଧ୍ୟାୟ ରହିଛି । କଲେଜ ଛାତ୍ରଛାତ୍ରୀମାନଙ୍କ ପାଇଁ ପାଠ୍ୟକ୍ରମ ଆଦି ପ୍ରକାଶିତ ହୁଏ । ସାନ୍ତାଳୀ ଭାଷାଭାଷୀମାନେ ଦୀର୍ଘଦିନ ଧରି ନିଜ ମାତୃଭାଷାରେ ଶିକ୍ଷାରୁ ବଞ୍ଚିତ ହୋଇଥିବାରୁ ଏହା ସାନ୍ତାଳୀ ସମୂହ ପାଇଁ ଏକ ଗୁରୁତ୍ତ୍ୱପୂର୍ଣ୍ଣ ପ୍ରକାଶନ ।
ଦଣ୍ଡନାଚ ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ । ଏହା ଗଞ୍ଜାମ ଜିଲ୍ଲାର ଏକ ଲୋକ ପର୍ବ। ଏହା ଗ୍ରାମାଞ୍ଚଳରେ ଏହା କାମନା ଦଣ୍ଡ ଭାବେ ପରିଚିତ। ଏହି ନୃତ୍ୟ ଧର୍ମିୟ ଧାରଣା ଏବଂ ଈଶ୍ଵର ବିଶ୍ଵାସ ଉପରେ ପ୍ରତିଷ୍ଠିତ । ନାଟକର ସୃଷ୍ଟି କେବେ ଓ କିଭଳି ହେଲା ତାହା ରହସ୍ୟମୟ । ତେବେ ଆଧୁନିକ ନାଟକ ସୃଷ୍ଟିର ବହୁ ପୂର୍ବରୁ ଲୋକନାଟକ ଗୁଡିକ ସୃଷ୍ଟି ହୋଇଥିବା ବିଷୟକୁ ଅସ୍ବୀକାର କରାଯାଇ ନପାରେ । କାରଣ ବେଦ, ଭରତମୁନିଙ୍କ ନାଟ୍ୟଶାସ୍ତ୍ର,ବୌଦ୍ଧ ନିକାୟ,ପାଣିନି,କୃଶାଶ୍ବ ଓ ବିଭିନ୍ନ ପୌରାଣିକ ଗ୍ରନ୍ଥରୁ ଲୋକନାଚକ ସମ୍ପର୍କରେ ସଂକେତ ମିଳିଥାଏ । ଲୋକନାଟକ ଗୁଡିକର ବର୍ହିଲକ୍ଷ ଓ ଅନ୍ତର୍ଲକ୍ଷ ହେଉଛି ଶିକ୍ଷା ପ୍ରଦାନ । ଜନଜୀବନର କାହାଣୀକୁ ବା ଲୋକବୃତ୍ତକୁ ବିଶ୍ବସ୍ତ ଭାବେ ଉପସ୍ଥାପିତ କରିବା ଲୋକନାଟକର ଅନ୍ୟ ଏକ ଲକ୍ଷ । ନାଟକ ହେଉଛି ଦୃଶ୍ୟକାବ୍ୟ ଓ କାବ୍ୟମାନଙ୍କ ମଧ୍ୟରେ ଶ୍ରେଷ୍ଠ । ନାଟକର ସ୍ରଷ୍ଟା ନାଟ୍ୟ ଶିଳ୍ପିର ମାୟାଜାଲ ବିସ୍ତାର କରି ଦର୍ଶକର ଚିତ୍ତ ବିନୋଦନ ସହିତ ସତ୍ୟ ,ଶିବ ଓ ମଙ୍ଗଳର ଜୟଗାନପାଇଁ ଆହ୍ବାନ ଦେଇଥାନ୍ତି ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ଵର ବିଭିନ୍ନ ସ୍ଥାନରୁ ସ୍ଵେଚ୍ଛାସେବକ ମାନଙ୍କ ଅବଦାନଦ୍ଵାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ଵର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ବରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ଵାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ବାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ଵର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ସ୍ଵାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ଵ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ଵଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ଵଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ଵନାଥ ଦତ୍ତ ଓ ଭୁବନେଶ୍ଵରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ଵାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ଵରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଚିଙ୍ଗୁଡ଼ି ପକଡା ଏକ ଆମିଷ ଖାଦ୍ୟ ଅଟେ ଏହାକୁ ଜଳଖିଆ ହିସାବରେ ଗ୍ରହଣ କରାଯାଏ । ଏହା ଭାରତରେ ପ୍ରାୟ ସମସ୍ତ ଅଞ୍ଚଳରେ ମିଳିଥାଏ । ଚିଙ୍ଗୁଡିକୁ ଭଲ ଭାବରେ ସଫା କରିବା ପରେ ଏଥିରେ କର୍ଣ୍ ଫ୍ଲୋର ମିଶାଇ ବିଭିନ୍ନ ମସଲା, କଟା ପିଆଜ, କଟା ଲଙ୍କା,ଅଦା ଓ ରସୁଣର ପେସ୍ଟ,ଲୁଣ, ଲେମ୍ବୁ ରସ,ଲଙ୍କା ଗୁଣ୍ଡ,ହଳଦୀ ଗୁଣ୍ଡ, ଭିନେଗାର ମିଶାଇ ଏକ ମିଶ୍ରଣ ପ୍ରସ୍ତୁତ କରାଯାଏ । ଏହାପରେ ଚିଙ୍ଗୁଡି ଗୁଡିକୁ ଗରମ ତେଲରେ ଛଣା ଯାଇ ଗରମ ଗରମ ପରସା ଯାଏ । ଏହାକୁ ଚିଲି ସସ୍ କିମ୍ବା ଟମାଟୋ ସସ୍ ସହିତ ଖାଆନ୍ତି ।
ଆଲକହଲ ନିଶା (ଇଂରାଜୀ ଭାଷାରେ Alcohol intoxication, ଡ୍ରଙ୍କନନେସ/ drunkenness ବା ଆଲକହଲ ବିଷକ୍ରିୟା (alcohol poisoning) ଏକ ପ୍ରକାର ବିଯୁକ୍ତାତ୍ମକ ବ୍ୟବହାର ଓ ଶାରୀରିକ ପ୍ରଭାବ ଯାହା ସଦ୍ୟ ଇଥାନଲ (ethanol) ବା ଆଲକହଲ ପିଇବାଯୋଗୁ ହୋଇଥାଏ । ଅଳ୍ପ ମାତ୍ରାରେ ଏହା ସାମାନ୍ୟ ଶାନ୍ତିଦାୟକ (sedation), ହୁଏ ଓ ନିଜ ଉପରେ ନିୟନ୍ତ୍ରଣ କମ୍ ହୁଏ । ମଧ୍ୟମ ଧରଣର ମାତ୍ରାରେ ଅସ୍ପଷ୍ଟ ବାର୍ତ୍ତଳାପ (Slurred speech), ଚାଲିବା ସମସ୍ୟା ସହିତ ବାନ୍ତି (vomiting) ହୋଇପାରେ । ଅତ୍ୟଧିକ ମାତ୍ରା ହେଲେ ଶ୍ୱାସକ୍ରିୟା ପ୍ରଚେଷ୍ଟା କମିଯାଏ (Decreased effort to breathe), କୋମା coma ଓ ମୃତ୍ୟୁ (death) ହୋଇପାରେ । ଅବସ୍ଥା ଜଟିଳ ହେଲେ ବାତ (Seizures), ଆସ୍ପିରେସନ ନିମୋନିଆ (aspiration pneumonia), ଆଘାତ (injuries), ହାଇପୋଗ୍ଲାଇସେମିଆ (low blood sugar) ଇତ୍ୟାଦି ହୋଇପାରେ ।ଆଲକହଲ ନିଶା ସାଧରଣତଃ ୨ବା ୩ ଥର ଆକହଲ ପାନୀୟ (alcoholic drinks) ପିଇବା ପରେ ଆରମ୍ଭ ହୁଏ । ସାମାଜିକ ବ୍ୟବସ୍ଥା ଓ ବ୍ୟକ୍ତିଗତ ଆବେଗ (impulsive) ଏହି ନିଶା ସଙ୍କଟ ସୃଷ୍ଟି କରେ । ଘଟଣାକ୍ରମ ଓ ଶାରୀରିକ ପରୀକ୍ଷା (physical examination) କରି ରୋଗ ନିର୍ଣ୍ଣୟ କରାଯାଏ । ସାଙ୍ଗରେ ଥିବା ଲୋକ ଏହାର ସତ୍ୟାସତ୍ୟ ପ୍ରମାଣ କରିପାରିବ । କାନୁନ ଅନୁସାରେ ରକ୍ତ ଆଲକହଲ (blood alcohol concentration/ BAC) ସାନ୍ଦ୍ରତା ୫.୪-୧୭.୪ ମିମୋଲ/ଲି (୨୫–୮୦ mg/dL ବା ୦.୦୨୫-୦.୦୮୦%)ରୁ ଅଧିକ ଥିଲେ ଏହା ନିର୍ଣ୍ଣୟ କରାଯାଏ । ରକ୍ତ ବା ନିଶ୍ୱାସ ପରୀକ୍ଷାରୁ (breath testing) ମାପିହୁଏ । ଆଲକହୋଲ ୩.୩ ମିମୋଲ/ଲି (୧୫ ମିଗ୍ରା/ଡେଲି) ହାରରେ ନଷ୍ଟ ହୋଇଯାଏ । ଆଲକହଲ ନିଶାଗ୍ରସ୍ତ ଲୋଲଙ୍କ ଚିକିତ୍ସାରେ ସାହାୟକ ଯତ୍ନର (supportive care) ଆବଶ୍ୟକତା ଥାଏ । ଏହାର ଚିକିତ୍ସାରେ ରୋଗୀକୁ ସ୍ୱାସ୍ଥ୍ୟଲାଭ ଅବସ୍ଥାରେ (recovery position) ରଖିବା, ଉଷୁମ ରଖିବା ଓ ଶ୍ୱାସକ୍ରିୟା ସଠିକ ଭାବରେ ଚାଲୁରଖିବା ପ୍ରତି ନଜର ରଖାଯାଏ । ପାକସ୍ଥଳୀ ଧୁଆ (Gastric lavage) ଓ ଆକ୍ଟିଭେଟେଡ ଚାରକୋଲ (activated charcoal) ଦେଲେ ଉପକାର ହୁଏ । ବାରମ୍ବାର ଅନୁଶୀଳନ କରି ଅନ୍ୟ ସମ୍ଭାବ୍ୟ କାରଣ ଅନୁସନ୍ଧାନ କରାଯାଏ ।ପଶ୍ଚିମ ପୃଥିବୀରେ (Western world) ଆଲକହଲ ନିଶା ଅତି ମାମୁଲି କଥା । ଆଲକହଲ ପାନ କରୁଥିବା ବ୍ୟକ୍ତି କେତେବେଳେ ହେଲେ ନିଶାଗ୍ରସ୍ତ ହୋଇଯାଏ । ଯୁକ୍ତରାଷ୍ଟ୍ର ଆମେରିକାରେ ଆକ୍ୟୁଟ ନିଶାଗ୍ରସ୍ତରୁ ବର୍ଷକୁ ୨୨୦୦ ମୃତ୍ୟୁ ହୁଏ, ଓ ଅପ୍ରତ୍ୟକ୍ଷ ଭାବରେ ୩୦,୦୦୦ ମୃତ୍ୟୁ ହୁଏ । ଆକ୍ୟୁଟ ନିଶାଗ୍ରସ୍ତ ବିଷୟ ଇତିହାସରେ ଲିପିବଦ୍ଧ ହୋଇଛି ଓ ଏହା ପୃଥିବୀର ଏକ ଆମୋଦଦାୟକ ଡ୍ରଗ (en:recreational drugs) ଭାବରେ ଗଣାଯାଏ । ଅନେକ ଧର୍ମରେ (religions) ଏହାକୁ ପାପ (sin) ବୋଲି ବିବେଚନା କରାଯାଏ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ଵାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଟୁଇଟର ( /ˈtwɪtər/) ଏକ ଅନଲାଇନ୍ ସୋସିଆଲ୍ ନେଟୱାର୍କିଙ୍ଗ୍ ସେବା ଯାହା ବ୍ୟବହାରକାରୀଙ୍କୁ ପରଷ୍ପର ସହ ୧୪୦-ଅକ୍ଷର ବିଶିଷ୍ଟ ସନ୍ଦେଶ ପଠାଇବାରେ ସାହାଯ୍ୟ କାରିଥାଏ । ଏହି ସନ୍ଦେଶ ଗୁଡିକୁ "ଟୁଇଟ୍" ବୋଲି କୁହାଯାଏ । ଏଥିରେ ପଞ୍ଜିକୃତ ହୋଇଥିବା ବ୍ୟକ୍ତି ମନେ ଟୁଇଟ୍ କରିପରିବେ ଏବଂ ନୁଆ ଟୁଇଟ୍ ପଢିପରିବେ । ପଞ୍ଜିକୃତ ହୋଇନଥିବା ବ୍ୟକ୍ତି ମନେ କେବଳ ନୁଆ ଟୁଇଟ୍ ପଢିପରିବେ । ଅଜିକାଲି ଲୋକମାନେ ମୋବାଇଲ୍, SMS କିମ୍ବା Web Interface ମଧ୍ୟମରେ ଟୁଇଟ୍ କରିପରୁଛନ୍ତି ଏବଂ ପଢିପରୁଛନ୍ତି । Twitter Inc.
ମେକ ଇନ ଓଡ଼ିଶା, ଓଡିଶା ସରକାରଙ୍କ ଦ୍ୱାରା ରାଜ୍ୟରେ ଶିଳ୍ପୋନ୍ନତି କରିବାକୁ ପ୍ରାରମ୍ଭ କରାଯାଇଥିବା ଏକ ପ୍ରକଳ୍ପ । ଓଡ଼ିଶାରେ ଥିବା ମୁଖ୍ୟ ଶିଳ୍ପ ନିବେଶକାରୀଗୁଡ଼ିକ ହେଲା ଏନଟିପିସି, ଏମସିଏଲ, ଏସଏଆଇଏଲ, ଟାଟା ଷ୍ଟିଲ, ଟିସିଏସ, ଅଦାନୀ, ଯେଏସପିଏଲ, ପିପିଏଲ, ଆଇଓସିଏଲ ଏବଂ ଆହୁରି ଅନେକ । ୮୦ରୁ ଅଧିକ କମ୍ପାନୀ ଓଡ଼ିଶାରେ ନିବେଶକରି ୨,୦୩,୨୭୦ ଟଙ୍କାର (୩୦ ବିଲିୟନ ଆମେରିକୀୟ ଡଲାର) ନିବେଶ କରିବେ ବୋଲି ସରକାରଙ୍କ ସହ ଏମଓୟୁ ସ୍ଵାକ୍ଷର କରିଛନ୍ତି । ପରବର୍ତ୍ତୀ ମେକ ଇନ ଓଡ଼ିଶା ସମ୍ମିଳନୀ ୨୦୨୦ ନଭେମ୍ବର ୩୦ରୁ ଡିସେମ୍ବର ୪ ପର୍ଯ୍ୟନ୍ତ ଚାଲିବ ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ଲକ୍ଷ୍ମଣ ନାୟକ (୨୨ ନଭେମ୍ବର ୧୮୯୯ - ୨୯ ମାର୍ଚ୍ଚ ୧୯୪୩) ଓଡ଼ିଶାର ଜଣେ ଅଗ୍ରଣି ସ୍ଵାଧୀନତା ସଂଗ୍ରାମୀ । ଆଦିବାସୀ ପାଇଁ ସେ ମାଲକାନାଗିରିର ଗାନ୍ଧି ଭାବେ ପ୍ରସିଦ୍ଧ ଥିଲେ । ଲକ୍ଷ୍ମଣ ନାୟକ ୧୮୯୯ ମସିହା ନଭେମ୍ବର ୨୨ ତାରିଖରେ କୋରାପୁଟ ଜିଲ୍ଲା (ବର୍ତ୍ତମାନର ମାଲକାନଗିରି ଜିଲ୍ଲା)ର ତେନ୍ତୁଲିଗୁମ୍ମା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଲକ୍ଷ୍ମଣ ଥିଲେ ଦ୍ୱିତୀୟ ସନ୍ତାନ, ବଡଭାଇ ସନିଆ ଓ ସାନଭାଇ ଧନ ଭୁମିୟା । ତାଙ୍କ ପିତା ପଦଲମ ନାୟକ ଜାତିରେ ବୀର ଭୁମିୟା ଓ ଚାଷ ଥିଲା ଜୀବିକା । ଗ୍ରାମବାସୀଙ୍କ ମନୋନୟନ ଅନୁଯାୟୀ ତାଙ୍କୁ କୋରାପୁଟ ରାଜା ତୃତୀୟ ବିକ୍ରମଦେବ (ରାଜଗାଦୀ ୧୮୮୯ରୁ ୧୯୨୦ ) ମୁସ୍ତାଦାର ବା ନାୟକ ପଦର ନିୟୁକ୍ତ କରିଥିଲେ । ଦାୟିତ୍ୱ ଥିଲା ତେନ୍ତୁଲିଗୁମା,ବେଜୁଣୀଗୁଡା,ଲେକିଗୁଡା, ଅଅଁଳାଗୁଡାର ଖଜଣା ଆଦାୟ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
କାଶ: ( ଉଚ୍ଚାରଣ ଲାଟିନ ଭାଷାରେ ଟସିସ୍: tussis) ଏହା ଏକ ପୁନଃ ପୁନଃ ହେଉଥିବା ରିଫ୍ଲେକ୍ସ (Reflex) ଯାହା ଶ୍ଵାସ ନଳୀରେ ଥିବା ସ୍ରାବ, ବହିସ୍ଥ କଣିକା, ଉତ୍ତେଜକ ପଦାର୍ଥ ଓ [[]]ଜୀବାଣୁ ଇତ୍ୟାଦିଙ୍କୁ ବାହାର କରିବାରେ ସହାଯ୍ୟ କରେ । ଏହା ଏକ ତିନି ଥାକିଆ ପ୍ରଣାଳୀ: ପ୍ରଥମେ ପ୍ରଶ୍ଵାସ ନିଆଯାଏ (Inhalation), ତା ପରେ ଗ୍ଲଟିସ (Glottis) ବନ୍ଦଥାଇ ଚାପଯୁକ୍ତ ନିଶ୍ଵାସ ଛଡ଼ାଯାଏ ଓ ଗ୍ଲଟିସ ଖୋଲିବା ସହ ପ୍ରବଳ ବେଗରେ ସ୍ଵତନ୍ତ୍ର ଶବ୍ଦ ସହ ବାୟୁ ନିର୍ଗତ କରାଯାଏ । କାଶ ଇଚ୍ଛାକୃତ ବା ଅନିଚ୍ଛାକୃତ ହୋଇପାରେ । ବାରମ୍ଵାର କାଶିବାକୁ ଏକ ରୋଗର ଲକ୍ଷଣ ରୁପେ ବିବେଚନା କରାଯାଏ । ଅନେକ ଜୀବାଣୁ ଓ ଭୁତାଣୁ କାଶଦ୍ଵାରା ରୋଗ ବ୍ୟାପିବାରେ ସାହାଯ୍ୟ କରନ୍ତି ଓ ଅନ୍ୟ ସୁସ୍ଥ ଲୋକ ସଂକ୍ରମିତ ହୁଅନ୍ତି । ଅଧିକାଂଶ ସମୟରେ ଶ୍ଵାସନଳୀ ସଂକ୍ରମଣଦ୍ଵାରା କାଶ ହୁଏ କିନ୍ତୁ ଧୁଆଁ, ବାୟୁ ଅପମିଶ୍ରଣ, ଆଜ୍ମା, କ୍ରନିକ ବ୍ରୋଙ୍କାଇଟିସ୍, ଫୁସ୍ଫୁସ୍ ଅର୍ବୁଦ (Tumour), ହୃଦ୍ଘାତ, ଗ୍ୟାସ୍ଟ୍ରୋଏସୋଫେଜିଆଲ୍ ରିଫ୍ଲକ୍ସ ରୋଗ ( gastroesophageal reflux disease) ଓ ଏ.ସି.ଇ.
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ଵରୂପରାଣୀ ଥିଲା । ସେ ସ୍ଵାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣୀ ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ହିଲିଅମ (ଇଂରାଜୀ: Helium) ହେଉଛି ଏକ ରାସାୟନିକ ମୌଳିକ । ଏହାର ପ୍ରତୀକ He ଓ ପରମାଣୁ କ୍ରମାଙ୍କ ୨ ଅଟେ । == ଇତିହାସ ==Evidence of helium was first detected on August 18, 1868 as a bright yellow line with a wavelength of 587.49 nanometres in the spectrum of the chromosphere of the Sun, by French astronomer Pierre Janssen during a total solar eclipse in Guntur, India. This line was initially assumed to be sodium. On October 20 of the same year, English astronomer Norman Lockyer observed a yellow line in the solar spectrum, which he named the D3 line, for it was near the known D1 and D2 lines of sodium, and concluded that it was caused by an element in the Sun unknown on Earth.
ଗୋପାଳ ଚନ୍ଦ୍ର ପ୍ରହରାଜ (୧୮୭୪-୧୯୪୫) ଜଣେ ଖ୍ୟାତନାମା ଓଡ଼ିଆ ଭାଷାବିଦ, ଲେଖକ ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ଏକ ସମ୍ଭ୍ରାନ୍ତ ଜମିଦାର ବ୍ରାହ୍ମଣ ପରିବାରରେ ହୋଇଥିଲା । ପେଷାରେ ଜଣେ ଓକିଲ ହୋଇଥିଲେ ମଧ୍ୟ ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।
ମୁଦିରସ୍ତ ବା ମୁଦିରଥ ହେଉଛନ୍ତି ଶ୍ରୀମନ୍ଦିରରେ ବହୁ ପୂର୍ବରୁ ଜଗନ୍ନାଥଙ୍କ ସେବାକରିଆସୁଥିବା ପୁଷ୍ପାଳକ ପରିବାରର ଜଣେ ବାରବର୍ଷରୁ କମ ବୟସର ବାଳକ । ଗଜପତି ମହାରାଜ ନିଜେ ସେହି ବାଳକକୁ ମୁଦିରଥ ଭାବେ ମନୋନୀତ କରିଥାନ୍ତି । ଗଜପତି ମହାରାଜାଙ୍କ ଅନୁପସ୍ଥିତିରେ ତାଙ୍କର ପ୍ରତିନିଧି ରୂପେ ମୁଦିରଥ ଶ୍ରୀମନ୍ଦିରରେ ଗଜପତିଙ୍କ ଅନୁମତି କ୍ରମେ ସମସ୍ତ ସେବା କରିପାରିବେ । ମହାରାଣୀଙ୍କ ସହିତ ମୁଦିରଥ ଶ୍ରୀମନ୍ଦିରରେ ମହାରଣୀଙ୍କୁ ସେବା କାର୍ଯ୍ୟରେ ସାହାଯ୍ୟ କରିବା ବିଧି ଥିବାରୁ ତାଙ୍କୁ ନାବାଳକ ବୟସରେ ସେବକ ଭାବେ ନିଯୁକ୍ତ କରାଯାଏ । ପ୍ରତିବର୍ଷ ମୁଦିରଥ ସେବକଙ୍କୁ ନିଯୁକ୍ତ ଦିଆଯାଏ । ମୁଦିରଥ ପ୍ରତିବର୍ଷ ପୁଷ୍ୟାଭିଷେକରୁ ପୁଷ୍ୟାଭିଷେକ ପର୍ଯ୍ୟନ୍ତ ମାତ୍ର ଏକ ବର୍ଷ ପାଇଁ ନିଯୁକ୍ତ ପାଇଥାନ୍ତି । ଗଙ୍ଗବଂଶର ରାଜା ନରସିଂହ ଦେବଙ୍କ ସମୟରୁ ଏହି ମୁଦିରସ୍ତ ସେବକର ପରମ୍ପରା ଆରମ୍ଭ ହୋଇଥିଲା । କିନ୍ତୁ ସେ ସମୟରେ ରାଜ୍ୟର ଆଭ୍ୟନ୍ତରୀଣ ପରିସ୍ଥିତିରେ ବିଶୃଙ୍ଖଳା ଦେଖାଦେବାରୁ ଏବଂ ରାଜା ସର୍ବଦା ରାଜ୍ୟ ବିସ୍ତାର ପାଇଁ ଅନ୍ୟ ରାଜ୍ୟ ସହ ଯୁଦ୍ଧରେ ଲିପ୍ତ ରହୁଥିବାରୁ ଶ୍ରୀଜୀଉଙ୍କର ନୀତି ସମ୍ପାଦନରେ ବିଶୃଙ୍ଖଳା ହେଲା । ତେଣୁ ସେବେଠାରୁ ଜଣେ ନାବାଳକକୁ ଗଜପତି ମନୋନୀତ କଲେ ଏବଂ ସେହି ନାବାଳକ ରାଜ ଅନ୍ତଃପୁରରେ ରହି ଲାଳିତ ପାଳିତ ହେଲେ । ସେହି ନାବାଳକ ଯେତେବେଳେ ଦ୍ଵାଦଶ ବର୍ଷ ଅତିକ୍ରମ କରିଯାଏ ସେତେବେଳେ ସେମାନଙ୍କୁ ପୁଷ୍ପାଳକ ଭାବରେ ବିବେଚନା କରାଯାଏ । ପରମ୍ପରାକ୍ରମେ ମହାରାଣୀଙ୍କର ଗହଣ ବିଜେ ପାଇଁ ଗଜପତି ମହାରାଜା ଏହି ପରିବାରରୁ ଜଣେ ନାବାଳକଙ୍କୁ ପ୍ରତିନିଧି ଭାବେ ମନୋନୀତ କରନ୍ତି । ମହାରାଣୀ ହେଉଛନ୍ତି ଅସୂର୍ଯ୍ୟଂପଶ୍ୟା, ସର୍ବଦା ରାଣୀ ଅନ୍ତଃପୁର ଭିତରେ ଥାଆନ୍ତି । କୌଣସି ବାହାର ଲୋକ ତାଙ୍କୁ ଦେଖିପାରନ୍ତି ନାହିଁ । ତେଣୁ ମୁଦିରସ୍ତ ରାଣୀଙ୍କୁ ମନ୍ଦିର ଭିତରକୁ ପାଛୋଟି ନେଇଥାନ୍ତି । ଅନ୍ୟ ସେବକମାନେ କୂର୍ମ ବେଢା ବାହାରେ ଅପେକ୍ଷା କରି ରୁହନ୍ତି । ଚଳନ୍ତି ଠାକୁରଙ୍କର ପ୍ରତିନିଧି ରୂପେ ସେ ଏକାନ୍ତରେ ଏହି ସେବା ମହାପ୍ରଭୁଙ୍କ ନିକଟରେ କରିଥାନ୍ତି । ଗଜପତିଙ୍କର ଅନୁପସ୍ଥିତିରେ, ନିର୍ଦ୍ଦେଶ ପାଇ ମୁଦିରସ୍ତ ପ୍ରଭୁଙ୍କର ପ୍ରଥମ ସେବକର କାର୍ଯ୍ୟ ବହନ କରିଥାନ୍ତି ।
ଅଖିଳ ମୋହନ ପଟ୍ଟନାୟକ ଜଣେ ଜଣାଶୁଣା ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ସୁଇଜରଲ୍ୟାଣ୍ଡ / ସ୍ଵିଜରଲ୍ୟାଣ୍ଡ ବା ସ୍ଵିସ୍ ସଂଘରାଜ୍ୟ ଇଉରୋପର ଏକ ସଂଘୀୟ ଗଣତାନ୍ତ୍ରିକ ଦେଶ । ସ୍ଵିଜରଲ୍ୟାଣ୍ଡ ଦେଶ ୨୬ଟି ସଂଘରାଜ୍ୟ ବା କ୍ୟାଣ୍ଟନରେ ବିଭକ୍ତ ଓ ବର୍ନ୍ (ଈଂରାଜୀରେ Bern) ଏହି ଦେଶର ରାଜଧାନୀ । ପଶ୍ଚିମ ଇଉରୋପର କେନ୍ଦ୍ରରେ ସ୍ଵିଜରଲ୍ୟାଣ୍ଡ ଅବସ୍ଥିତ । ସ୍ଵିଜରଲ୍ୟାଣ୍ଡକୁ ଦକ୍ଷିଣ ପଟେ ଇଟାଲି, ପଶ୍ଚିମ ପଟେ ଫ୍ରାଂସ୍, ଉତ୍ତର ପଟେ ଜର୍ମାନୀ ଓ ପୂର୍ବପଟେ ଅଷ୍ଟ୍ରିଆ ଏବଂ ଲିଖଟେନଷ୍ଟାଇନ୍ ଘେରି ରହିଛନ୍ତି । ଚାରିପଟୁ ସ୍ଥଳଭାଗଦ୍ଵାରା ପରିବେଷ୍ଟ ଏହି ଦେଶର କ୍ଷେତ୍ରଫଳ ପ୍ରାୟ ୪୧୨୮୫ ବର୍ଗ କିଲୋମିଟର୍ (୧୫୯୪୦ ବର୍ଗ ମାଇଲ୍) । ଭୌଗୋଳିକ ଦୃଷ୍ଟିକୋଣରୁ ଏହାର ଭୂଭାଗ ଆଲ୍ପସ୍ ପର୍ବତଶ୍ରେଣୀ, ସ୍ଵିସ୍ ଉଚ୍ଚ-ସମଭୂମି ଓ ଜୁରା ପର୍ବତାଞ୍ଚଳଦ୍ଵାରା ଶୋଭିତ । ଆଲ୍ପସ୍ ପର୍ବତଶ୍ରେଣୀ ଏହି ଦେଶର ଅଧିକାଂଶ ଭାଗ ଅଧିକାର କରିଥିବା ବେଳେ ଏହାର ଉଚ୍ଚ ସମତଳ ଭୂମିରେ ପ୍ରାୟ ୮୦ ଲକ୍ଷ ସ୍ଵିସ୍ (ଈଂରାଜୀରେ Swiss) ନାଗରିକ ବସବାସ କରିଥାନ୍ତି । ଏହି ଉଚ୍ଚ ସମତଳ ଭୂମିରେ ଅନେକ ପ୍ରମୁଖ ନଗର ଗଢ଼ି ଉଠିଛି । ବିଶ୍ଵ ଅର୍ଥନୀତିର ପ୍ରମୁଖ କେନ୍ଦ୍ର ଭାବେ ପରିଗଣିତ ଜୁରିକ୍ ଓ ଜେନିଭା ତନ୍ମଧ୍ୟରୁ ଅନ୍ୟତମ ।
ଉଇକିଡାଟା ସମ୍ମିଳିତ ଭାବେ ପ୍ରସ୍ତୁତ ବଦଳଯୋଗ୍ୟ ଏକ ଜ୍ଞାନ ଭଣ୍ଡାର ଯାହା ଉଇକିମିଡ଼ିଆ ସଂସ୍ଥାଦ୍ଵାରା ପରିଚାଳିତ ହେଉଅଛି । ଏହାର ଲକ୍ଷ୍ୟ ହେଉଛି କେତେକ ତଥ୍ୟ ନେଇ ଗୋଟିଏ ସାଧାରଣ ସ୍ରୋତ ତିଆରି କରିବା ଯାହା ଉଇକିମିଡ଼ିଆର ପରିକଳ୍ପନା ଯେପରି ଉଇକିପିଡ଼ିଆରେ ବ୍ୟବହୃଉତ ହେଇପାରିବ । ଉଇକିଡାଟା ଉଇକିକମନ୍ସ ଭଳି ଏକ ଉଇକିମିଡ଼ିଆ ପ୍ରକଳ୍ପ । ଉଇକିକମନ୍ସ୍ ଯେପରି ଛବି, ଭିଡିଓ, ଓ ଅନ୍ୟାନ୍ୟ ମିଡ଼ିଆ ଫାଇଲ୍ ପାଇଁ ଷ୍ଟୋରେଜ ପ୍ରଦାନ କରେ ସେହିପରି ଉଇକିଡାଟା କେତେକ ତଥ୍ୟ ପାଇଁ ଷ୍ଟୋରେଜ୍ ପ୍ରଦାନ କରେ । ଉଇକିଡାଟା ଉଇକିବେସ୍ଦ୍ଵାରା ତାର ସାମର୍ଥ୍ୟ ପାଇଛି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
୧୯୪୮ ମସିହା ଏପ୍ରିଲ ୭ ତାରିଖରେ ଜାତିସଂଘ ପକ୍ଷରୁ ପ୍ରତିଷ୍ଠା ହେଇଥିଲା ବିଶ୍ଵ ସ୍ଵାସ୍ଥ୍ୟ ସଂଗଠନ(WHO)। ବିଶ୍ଵରେ ସ୍ଵାଥ୍ୟ ସେବା ସମ୍ପର୍କିତ ବିବରଣୀ ସଂଗ୍ରହ କରିବା ଏବଂ ଏହାର ମୁକାବିଲା ଦିଗରେ ଆବଶ୍ୟକ ପଦକ୍ଷେପ ନେବା ଥିଲା ଏହି ସଂଗଠନର ଉଦ୍ଦେଶ୍ୟ ।ଏହାର ମୂଖ୍ୟାଳୟ ସୁଇଜରଲାଣ୍ଡର ଜେନେଭାଠାରେ ପ୍ରତିଷ୍ଠା ହେଇଥିଲା ।ଅବଶ୍ୟ ଏହା ପୂର୍ବରୁ ସଂଗଠନ ପ୍ରତିଷ୍ଠା ଲାଗି ୧୯୪୬ ଜୁଲାଇ ୨୨ରେ ଜାତିସଂଘର ୬୧ଟି ସଦସ୍ୟ ରାଷ୍ଟ୍ର ଏକ ରାଜିନାମା ସ୍ଵାକ୍ଷର କରିଥିଲେ ।ବିଶ୍ଵ ସ୍ଵାସ୍ଥ୍ୟ ସଂଗଠନର ପ୍ରଥମ ବୈଠକ ୧୯୪୮ ଜୁଲାଇ ୨୪ରେ ଶେଷ ହେଇଥିଲା ।ପ୍ରତିଷ୍ଠା ହେବା ଦିନରୁ ସଂଗଠନ ବିଶ୍ଵରୁ ବସନ୍ତରୋଗ ସମ୍ପୁର୍ଣ୍ଣ ଭାବେ ଲୋପ କରିବା ଲାଗି ଉଦ୍ୟମ ଆରମ୍ଭ କରିଥିଲା ଏବଂ ଏଦିଗରେ ସଫଳ ମଧ୍ୟ ହେଇଥିଲା ।