ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ମାଦଳା ପାଞ୍ଜି ଓଡ଼ିଶାରେ ରାଜତ୍ଵ କରୁଥିବା ବିଭିନ୍ନ ରାଜବଂଶର ଏକ ଇତିହାସ ପୋଥି ତଥା ପୁରୀ ଜଗନ୍ନାଥ ମନ୍ଦିରରେ ଶ୍ରୀ ଜଗନ୍ନାଥଙ୍କ ପାଖରେ ପୂଜିତ । ଖ୍ରୀଷ୍ଟୀୟ ଦ୍ଵାଦଶ ଶତାବ୍ଦୀଠାରୁ ଉନବିଂଶ ଶତାବ୍ଦୀର ମଧ୍ୟଭାଗ ପର୍ଯ୍ୟନ୍ତ ଶ୍ରୀଜଗନ୍ନାଥଙ୍କ ଇତିବୃତ୍ତ ଏଥିରୁ ମିଳିଥାଏ । ରାଜା ଓ ମନ୍ଦିରର ଇତିହାସ ଲେଖିବାପାଇଁ ସଙ୍କଳ୍ପ କରିଥିବା ଲିଖନକାରମାନେ ମଝିରେ ମଝିରେ ବିଭିନ୍ନ କିମ୍ବଦନ୍ତୀ ପ୍ରୟୋଗ କରିବାରେ ଗ୍ରନ୍ଥଟି ସାହିତ୍ୟିକ ମର୍ଯ୍ୟାଦା ଲାଭ କରିପାରିଛି । ଓଡ଼ିଆ ଗଦ୍ୟ ସାହିତ୍ୟର ବିକାଶରେ ଉଭୟ ଭାଷା ଓ ଶୈଳୀ ଦୃଷ୍ଟିରୁ ମାଦଳାପାଞ୍ଜିର ସ୍ଥାନ ସ୍ଵତନ୍ତ୍ର ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ଵର ବିଭିନ୍ନ ସ୍ଥାନରୁ ସ୍ଵେଚ୍ଛାସେବକ ମାନଙ୍କ ଅବଦାନଦ୍ଵାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ଵର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ବରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ଵାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ବାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ଵର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ସୁସ୍ମିତା ମହାନ୍ତି, କଟକରେ ଜନ୍ମିତ ଜଣେ ଅନ୍ତରୀକ୍ଷ ବିଜ୍ଞାନୀ ଓ ଉଦ୍ୟୋଗୀ । ସେ ବର୍ତ୍ତମାନ ଓଡ଼ିଶା ସରକାରଙ୍କ "ମୋ ସ୍କୁଲ" କାର୍ଯ୍ୟକ୍ରମର ଅଧ୍ୟକ୍ଷା ଭାବରେ କାର୍ଯ୍ୟରତ ।ସୁସ୍ମିତା, ଭାରତର ପ୍ରଥମ ବେସରକାରୀ ଅନ୍ତରୀକ୍ଷ ଉଦ୍ୟୋଗ "ଆର୍ଥ୨ଅର୍ବିଟ"(Earth2Orbit)ର ସହପ୍ରତିଷ୍ଠାତ୍ରୀ ଓ ଅଧ୍ୟକ୍ଷ । ଏହା ପୂର୍ବରୁ ସେ ବିଦେଶରେ "ମୁନ୍ ଫ୍ରଣ୍ଟ"(Moonfront)(୨୦୦୧-୨୦୦୭) ଓ ଲିକ୍ୱିଫର୍(Liquifer)(୨୦୦୪) ନାମକ ଦୁଇଟି ଉଦ୍ୟୋଗ ପ୍ରତିଷ୍ଠା କରିସାରିଛନ୍ତି । ଉଦ୍ୟୋଗପତି ହେବା ଆଗରୁ, ସୁସ୍ମିତା ବୋଇଂ ଓ ନାସା ଭଳି ଅନୁଷ୍ଠାନମାନଙ୍କରେ କାମ କରିସାରିଛନ୍ତି । ତାଙ୍କ ଅନୁଷ୍ଠାନ ଆର୍ଥ୨ଅର୍ବିଟ ସୌର ଶକ୍ତି, ଜଳ, କୃଷି ଓ ସ୍ମାର୍ଟ ସିଟି ଭଳି ୪ଟି ବିଭାଗରେ କାର୍ଯ୍ୟ କରୁଛି । ସରକାରୀ ଓ ବେସରକାରୀ ସ୍ଥରରେ ଉପଲବ୍ଧ ବିଭିନ୍ନ ତଥ୍ୟକୁ ନେଇ ଅନ୍ତରୀକ୍ଷ ତଥ୍ୟ ସହ ତୁଳନା କରି,ବାତ୍ୟା,ବନ୍ୟା ଓ ଅନ୍ୟାନ୍ୟ ପ୍ରାକୃତିକ ଦୁର୍ବିପାକରୁ ଗୋଟିଏ ସ୍ଥାନକୁ କିପରି ରକ୍ଷା କରାଯାଇପାରିବ, ସେ ବିଷୟରେ ଗବେଷଣା କରୁଛି ।ସୁସ୍ମିତା କଟକରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତା ଭାରତୀୟ ମହାକାଶ ଗବେଷଣା ସଂସ୍ଥାରେ କାର୍ଯ୍ୟ କରୁଥିଲେ । ପିତା "ଭାରତୀୟ ମହାକାଶ ଗବେଷଣା ସଂସ୍ଥା"ର ଅହମଦାବାଦ ଶାଖାରେ କାର୍ଯ୍ୟ କରୁଥିବାରୁ, ସୁସ୍ମିତାଙ୍କ ପିଲାଦିନ ଅହମଦାବାଦରେ ବିତିଥିଲା । ସେ ଭାରତ, ଫ୍ରାନ୍ସ, ସ୍ୱୀଡେନ ଆଦି ଦେଶରେ ନିଜ ଶିକ୍ଷାଗ୍ରହଣ କରିଥିଲେ । ସେ ଏକାଧିକ ପିଏଚଡ଼ି ହାସଲ କରିଛନ୍ତି ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ପେରିଟୋନାଇଟିସ (Peritonitis) ନାମ ଦିଆଯାଏ ଯେତେବେଳେ ପେରିଟୋନିଅମ (peritoneum) ବା ଉଦରର (abdomen) ଭିତର କାନ୍ଥ ତଥା ଉଦରରେ ଥିବା ଅଙ୍ଗମାନଙ୍କର (abdominal organ) ଘୋଡ଼ଣୀରେ ପ୍ରଦାହ ହୁଏ । ଏହି ରୋଗରେ ଅତ୍ୟଧିକ ଯନ୍ତ୍ରଣା, ପେଟ ଫୁଲା, ଜ୍ୱର ଓ ଓଜନ ହ୍ରାସ ଆଦି ଲକ୍ଷଣ ଦେଖାଯାଏ । ଉଦରର ଏକ ଅଂଶ ବା ସମୁଦାୟ ଉଦର ଦରଜ ହୋଇପାରେ । ରୋଗ ଜଟିଳ ହେଲେ ଶକ୍ (Shock), ଆକ୍ୟୁଟ ରେସ୍ପିରେଟରି ଡିସ୍ଟ୍ରେସ ସିଣ୍ଡ୍ରୋମ (acute respiratory distress syndrome) ଆଦି ଲକ୍ଷଣ ଦେଖାଯାଇପାରେ ।ଜଠରାନ୍ତ୍ର ଛିଦ୍ର, ଅଗ୍ନାଶୟ ପ୍ରଦାହ, ପେଲଭିସ ପ୍ରଦାହ ରୋଗ, ସିରୋସିସ୍, ଆପେଣ୍ଡିସାଇଟିସ, ପାକସ୍ଥଳୀ ଘାଆ (stomach ulcer) ଇତ୍ୟାଦି ରୋଗର ଉପଯୁକ୍ତ ଚିକିତ୍ସା ନହେଲେ ଏହି ପେରିଟୋନାଇଟିସ ରୋଗ ହୁଏ । ଆସାଇଟିସ ଥିଲେ ଓ ପେରିଟୋନିଆଲ ଡିଆଲିସିସ କରାଯାଉଥିଲେ ଏହି ରୋଗ ସଙ୍କଟ ରହେ । ଶାରୀରିକ ପରୀକ୍ଷା (Examination), ରକ୍ତ ପରୀକ୍ଷା (blood tests), ମେଡିକାଲ ଇମେଜିଙ୍ଗ (medical imaging) ସାହାଯ୍ୟରେ ରୋଗ ନିର୍ଣ୍ଣୟ କରାଯାଏ ।ଆଣ୍ଟିବାୟୋଟିକ (Antibiotics), ଶିରାଭ୍ୟନ୍ତର ତରଳ ପଦାର୍ଥ (intravenous fluids), ଯନ୍ତ୍ରଣା ନିମନ୍ତେ ଔଷଧ (pain medication), ଅପରେଶନ ସାହାଯ୍ୟରେ ଚିକିତ୍ସା କରାଯାଏ । ନାସପାକସ୍ଥଳୀ ନଳୀ (nasogastric tube) ଓ ରକ୍ତ ଟ୍ରାନ୍ସଫ୍ୟୁଜନ (blood transfusion) ମଧ୍ୟ ଆବଶ୍ୟକ ହୋଇପାରେ । ଚିକିତ୍ସା ନପାଇଲେ ଅଳ୍ପ କିଛି ଦିନ ମଧ୍ୟରେ ମୃତ୍ୟୁ ହୋଇଯାଏ । ପ୍ରାୟ ୭.୫% ଲୋକ ଆପେଣ୍ଡିସାଇଟିସ ରୋଗର ଶିକାର ହୁଅନ୍ତି । ସିରୋସିସ୍ ରୋଗୀଙ୍କ ମଧ୍ୟରୁ ପ୍ରାୟ ୨୦% ଲୋକଙ୍କର ପେରିଟୋନାଇଟିସ ହୁଏ ।
ଦିଲାରା ହାନିଫ ପୂର୍ଣ୍ଣିମା (ଜନ୍ମ: ଜୁଲାଇ ୧୧, ୧୯୮୧(1981-07-11)) ଜଣେ ବଙ୍ଗଳାଦେଶୀ ଅଭିନେତ୍ରୀ, ସେ ମୁଖ୍ୟତଃ ବଙ୍ଗଳା କଥାଚିତ୍ର ଜଗତରେ ଅଭିନୟ କରନ୍ତି । ପୂର୍ଣ୍ଣିମା ୧୯୯୭ ମସିହାରେ ବଙ୍ଗଳା କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ସେ ଏ ଜୀବନ ତୁମର ଆମର କଥାଚିତ୍ର ଜରିଆରେ ଅଭିନୟ ଦୁନିଆରେ ପ୍ରବେଶ କରିଥିଲେ । ନିର୍ଦ୍ଦେଶକ ଜାକିର ହୁସେନ ତାଙ୍କୁ ପ୍ରଥମ ସୁଯୋଗ ଦେଇଥିଲେ । ପୂର୍ଣ୍ଣିମାଙ୍କୁ ୨୦୧୦, ୨୦୧୨ ଏବଂ ୨୦୧୩ରେ ବଙ୍ଗଳାଦେଶର ଜାତୀୟ ଚଳଚ୍ଚିତ୍ର ପୁରସ୍କାର ମିଳିଥିଲ । ସେ କଥାଚିତ୍ର ଜଗତରେ ଅଭିନୟ କରିବା ବ୍ୟତୀତ ବଙ୍ଗଳାଦେଶର ବିଭିନ୍ନ ଦୂରଦର୍ଶନରେ ମଧ୍ୟ କାର୍ଯ୍ୟ କରିଛନ୍ତି ।
ସାହିତ୍ୟରେ ଆଦର୍ଶବାଦ ପ୍ରଚାର କରିବା ଥିଲା ଜାତୀୟ କବି ସାରଳା ଦାସଙ୍କ ଅନ୍ୟତମ ଲକ୍ଷ୍ୟ । ସାମାଜିକ ଆଦର୍ଶବୋଧର ପ୍ରତିଷ୍ଠା ପାଇଁ ସେ ଆପଣାର ବିଶାଳ ଗ୍ରନ୍ଥ ମହାଭାରତର କଥନକ ମଧ୍ୟରେ ଯେଉଁଠେ ଅବକାଶ ପାଇଛନ୍ତି ଏହି ଆଦର୍ଶବୋଧକୁ ବିଭିନ୍ନ ଚରିତ୍ରରାଜିର ମୁଖରେ ପ୍ରଦାନ କରିଯାଇଛନ୍ତି । ସାରଳା ଦାସଙ୍କ ଉଲ୍ଲଖିତ ଆଦର୍ଶ ଥିଲା ସମସାମୟିକ ଉତ୍କଳର ସାମାଜିକ ଆଦର୍ଶ । ଏସବୁ ମୂଳରେ କବିଙ୍କ ଉଦ୍ଦେଶ୍ୟ ଥିଲା ସାଧାରଣ ଲୋକର ଚରିତ୍ର ଗଠନ ଏବଂ ନୈତିକ ଚେତନାର ଜାଗରଣ । କବିଙ୍କ ବିରଚିତ ମହାଭାରତ ତତ୍କାଳୀନ ଉତ୍କଳରେ ପ୍ରଚଳିତ ରାଶି ରାଶି ପ୍ରବାଦ ରୂପକ ସୁରଭିତ ସୁମନର ଏକ ନନ୍ଦନକାନନ । ବସ୍ତୁତଃ ବିଚାର କଲେ ଏସବୁ ପ୍ରବାଦ ଗୁଡିକ ମଧ୍ୟରୁ କେତେକ କବି କଳ୍ପନା ସମ୍ଭୂତ ଆଉ କେତେକ ତତ୍କାଳୀନ ଉତ୍କଳୀୟ ଲୋକ ମୁଖରେ ପ୍ରଚଳିତ କଥା । ଏସବୁ କବିଙ୍କ ପାଣ୍ଡିତ୍ୟ, ବହୁ ଶାସ୍ତ୍ର ଦର୍ଶିତା ତଥା ଦୂର ଦୃଷ୍ଟିର ସୁସମନ୍ଵୟରେ କବି ଲେଖନୀରେ ତାହା ମନୋଜ୍ଞ ଭାବେ ପ୍ରକାଶ ପାଇଛି । କବି ସ୍ଵକୀୟ ଅନୁଭୁତି ସଂଜାତ ବିଚାରବୋଧରୁ ଯେଉଁ ମହନୀୟ ଆଦର୍ଶବଳୀର ପ୍ରଚାର କରିଯାଇଛନ୍ତି ତାହାହିଁ ତାଙ୍କର ଆଦର୍ଶଗତ ଐକାନ୍ତିକତାର ଯଥାର୍ଥ ପରିଚାୟକ । କବିଙ୍କ ଏହି ଆଦର୍ଶବୋଧ କେତେବେଳେ ପ୍ରଚାର ଧର୍ମତାକୁ ଆଶ୍ରୟ କରିଛି ତ କେତେବେଳେ ବିଭିନ୍ନ ଲୋକ କଥା ଦେଇ ଆତ୍ମ ପ୍ରକାଶ କରିଛି । ନୀତି ବାଣୀ ବା ନୀତି ଉପଦେଶ ସୁସ୍ଥ ସୁନ୍ଦର ଜୀବନଚର୍ଯ୍ୟାର ମହାର୍ଘ ଉପାଦାନ ହେଲେ ସୁଦ୍ଧା ସାହିତ୍ୟିକ ରସାବେଦନ ଦୃଷ୍ଟିରୁ ତାହା ନିରସ ଓ ଶୁଷ୍କ ପ୍ରତୀୟମାନ ହୋଇଥାଏ । ଏଣୁ ଏହି ରସ ଶୂନ୍ୟ ଉପଦେଶାବଳୀକୁ ସରସ ଓ ସ୍ଵାଦିଷ୍ଟ କରିବା ଲକ୍ଷ୍ୟରେ କବି ଲୋକ ପ୍ରଚଳିତ ପ୍ରବାଦ ଗୁଡିକୁ ମାଧ୍ୟମ ରୂପେ ଗ୍ରହଣ କରିଛନ୍ତି । ସ୍ଵକୀୟ ପୁରାଣ ଗର୍ଭିତ ବିଭିନ୍ନ ଉପାଖ୍ୟାନ ତଥା ଚରିତ୍ରାବଳୀର କର୍ମ କୁଶଳତାକୁ ଜନଚିତ୍ତଗ୍ରାହୀ ପ୍ରବାଦ ମାଧ୍ୟମରେ ପ୍ରକାଶ ପୂର୍ବକ ସୁପରିକଳ୍ପିତ ଆଦର୍ଶବୋଧକୁ ପ୍ରଚାର କରିଯାଇଛନ୍ତି ।
ସର୍ଦ୍ଦାର ବଲ୍ଲଭଭାଇ ପଟେଲ(୩୧ ଅକ୍ଟୋବର ୧୮୭୫-୧୫ ଡିସେମ୍ବର ୧୯୫୦) ଜଣେ ଭାରତୀୟ ଓକିଲ ଥିଲେ ଯିଏକି ଭାରତୀୟ ଜାତୀୟ କଂଗ୍ରେସର ସଭ୍ୟ ଥିଲେ । ସେ ଜଣେ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଭାରତର ସ୍ୱାଧିନତା ସଂଗ୍ରାମରେ ତାଙ୍କ ଭୁମିକା ଗୁରୁତ୍ୱାପୁର୍ଣ ଥିଲା । ସ୍ୱାଧୀନ ଭାରତର ସେ ପ୍ରଥମ ଉପ-ପ୍ରଧାନମନ୍ତ୍ରୀ ଥିଲେ । ସ୍ୱାଧୀନତା ସମୟରେ ବିନା ରକ୍ତପାତରେ ଭାରତର ପ୍ରାୟ ସମସ୍ତ ରାଜ୍ୟଗୁଡ଼ିକୁ ଏକାଠି କରିବା, ତାଙ୍କର ଦକ୍ଷତାର ପ୍ରମାଣ ଦିଏ । ତାଙ୍କର ଏହି ବଳିଷ୍ଠ ଅବଦାନ ନିମିତ୍ତ ତାଙ୍କୁ "ଲୌହ ମାନବ "ର ଉପାଧି ମିଳିଥିଲା । ତାଙ୍କର ସ୍ମୃତିରେ ୨୦୧୪ ମସିହାରୁ ପ୍ରତିବର୍ଷ ତାଙ୍କର ଜନ୍ମତିଥି ୩୧ ଅକ୍ଟୋବରକୁ ରାଷ୍ଟ୍ରୀୟ ଏକତା ଦିବସ ରୂପେ ପାଳନ ହୋଇ ଆସୁଅଛି । ୩୧ ଅକ୍ଟୋବର ୨୦୧୮ ତାରିଖରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କଦ୍ୱାରା ଦେଶବାସୀଙ୍କ ଉଦ୍ଦେଶ୍ୟରେ ପଟେଲଜିଙ୍କର ଏକ ୧୮୨ ମିଟର ପ୍ରତିମୂର୍ତ୍ତି ଉଦଘାଟନ କରିଥିଲେ । ଏହାକୁ ଏକତାର ପ୍ରତିମୂର୍ତ୍ତି ଭାବରେ ସମ୍ବୋଧନ କରାଯାଉଛି । ଏହା ଉଦଘାଟନ ସମୟରେ ବିଶ୍ୱର ସର୍ବୋଚ୍ଚ ପ୍ରତିମୂର୍ତ୍ତି ଥିଲା ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ଵରୂପରାଣୀ ଥିଲା । ସେ ସ୍ଵାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଏକତାର ପ୍ରତିମୂର୍ତ୍ତି ହେଉଛି ଭାରତର ସ୍ୱାଧୀନତା ସଂଗ୍ରାମୀ ବଲ୍ଲଭ ଭାଇ ପଟେଲଙ୍କର (୧୮୭୫-୧୯୫୦) ଗୁଜରାଟର ନର୍ମଦା ଜିଲ୍ଲାରେ ଥିବା ଏକ ପ୍ରତିମୂର୍ତ୍ତି । ଏହି ୧୮୨ ମିଟର (୫୯୭ ଫୁଟ) ଉଚ୍ଚ ପ୍ରତିମୂର୍ତ୍ତି ବର୍ତ୍ତମାନ ବିଶ୍ୱର ସର୍ବୋଚ୍ଚ ପ୍ରତିମୂର୍ତ୍ତି ଅଟେ । ପଟେଲଜୀ ସ୍ୱାଧୀନ ଭାରତର ପ୍ରଥମ ଉପ-ପ୍ରଧାନମନ୍ତ୍ରୀ ଥିଲେ । ପ୍ରତିମୂର୍ତ୍ତିଟି ସର୍ଦାର ସରୋବର ଡ୍ୟାମ ବା ନର୍ମଦା ଡ୍ୟାମ ଆଡ଼କୁ ମୁହଁ କରି ଏକ ନଦୀ ଟାପୁ ଉପରେ ନିର୍ମିତ୍ତ ହୋଇଛି । ଏହା ବଡୋଦରାର ଦକ୍ଷିଣ-ପୂର୍ବରେ ରାଜପି୍ପଲା ନିକଟରେ ଅବସ୍ଥିତ ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଅପର୍ଣ୍ଣା ପାଣିଗ୍ରାହୀ (୧୮୯୩-୧୯୩୬) ଓଡ଼ିଶାର ଜଣେ ସୁପ୍ରସିଦ୍ଧ ପୁରାତନ ଗାୟକ ଓ ବୀଣାକାର । ସେ ଜଣେ ବିଶିଷ୍ଟ ଗ୍ରାମ୍ଫୋନ କଳାକାର ଥିଲେ । ଅଳ୍ପ ବୟସରୁ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ସେ ଅନ୍ଧ ହୋଇଯାଇଥିଲେ । ଏଥିପାଇଁ ଲୋକେ ତାଙ୍କୁ 'ଅନ୍ଧ ଆପନ୍ନା' ଓ 'ଉତ୍କଳର ସୁରଦାସ' ବୋଲି ଡାକୁଥିଲେ । ସମଗ୍ର ଓଡ଼ିଶାର ସର୍ବଶ୍ରେଷ୍ଠ ବୀଣାକାର ଭାବେ ତାଙ୍କର ଖ୍ୟାତି ଥିଲା । ଓଡ଼ିଶୀ ସଙ୍ଗୀତର ଅଳ୍ପପ୍ରସିଦ୍ଧ ଦକ୍ଷିଣୀ ଶୈଳୀର ଜଣେ ପ୍ରମୁଖ କଳାକାର ଥିଲେ ଅପର୍ଣ୍ଣା ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ଵାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
କାର୍ତ୍ତିକ ପୂର୍ଣ୍ଣମା, ରାସ ବା ରାସ ପୂର୍ଣ୍ଣିମା ନାମରେ ମଧ୍ୟ ପରିଚିତ । ଓଡ଼ିଶାର ଆଚାର ବିଚାର, ଚାଲିଚଳଣି ତଥା ଧର୍ମୀୟ ଭାବନା ସହିତ ଏହି ପର୍ବ ଓତପ୍ରୋତ ଭାବେ ଜଡ଼ିତ । ଗୌରବମୟ ଉତ୍କଳର ପ୍ରାଚୀନ ଇତିହାସ ସହିତ ଏହା ଏତେ ନିବିଡ଼ ଭାବରେ ସଂପୃକ୍ତ ଯେ ଏହି ଦିବସର ଗୁରୁତ୍ଵକୁ ବାଦ ଦେଲେ ଖ୍ରୀଷ୍ଟପୂର୍ବୀୟ କାଳରେ ଓଡ଼ିଶାରେ ନୌବାଣିଜ୍ୟ ସମ୍ପର୍କରେ ଚିନ୍ତା ବି କରାଯାଇ ପାରେ ନାହିଁ । ଅତଏବ ଧର୍ମଗତ ତଥା ଐତିହାସିକ ଉଭୟ ଦୃଷ୍ଟିକୋଣରୁ ଏହାର ମୂଲ୍ୟବୋଧ ଅତୀବ ବୈଶିଷ୍ଟ୍ୟ ପରିପୂର୍ଣ୍ଣ ।
ଚନ୍ଦ୍ରଗୁପ୍ତ ଓ ବିନ୍ଦୁସାରଙ୍କ ରାଜତ୍ଵ କାଳରେ କଳିଙ୍ଗ ଏକ ଶକ୍ତିଶାଳୀ ଓ ସ୍ଵାଧୀନ ରାଷ୍ଟ୍ର ଥିଲା । କିନ୍ତୁ ଅଶୋକ ରାଜ୍ୟାଭିଷେକର ଅଷ୍ଟମବର୍ଷରେ ଅର୍ଥାତ ଖ୍ରୀ.ପୂ:୨୬୧ରେ କଳିଙ୍ଗ ଆକ୍ରମଣ କରି ଜୟଲାଭ କରିଥିଲେ । ତାଙ୍କର ତ୍ରୟୋଦଶ ଶିଳାନୁଶାସନରେ କଳିଙ୍ଗ ଯୁଦ୍ଧର ରୋମାଞ୍ଚକର ବିଭୀଷିକା ବର୍ଣ୍ଣିତ ହୋଇଛି । ଏହି ଯୁଦ୍ଧରେ ଏକଲକ୍ଷ ଲୋକ ନୀହତ ହୋଇଥିଲେ । ଦେଢ଼ଲକ୍ଷ ଲୋକ ବନ୍ଦୀହୋଇ ଦେଶାନ୍ତରକୁ ପ୍ରେରିତ ହୋଇଥିଲେ ଏବଂ ପ୍ରାୟ ସେହି ସଂଖ୍ୟକ ବ୍ୟକ୍ତି ଯୁଦ୍ଧ ପର ଅବସ୍ଥାରେ ଆହାତ , ରୋଗାକ୍ରାନ୍ତ କିମ୍ବା ବୁଭୁକ୍ଷୁ ହୋଇ ମୃତ୍ୟୁମୂଖରେ ପଡ଼ିଥିଲେ । କଳିଙ୍ଗ ଯୁଦ୍ଧ ବୌଦ୍ଧ ଧର୍ମ ତଥା ପୃଥିବୀର ଇତିହାସରେ ଏକ ଯୁଗାନ୍ତକାରୀ ଘଟଣା । ଏହି ଯୁଦ୍ଧର ଦାରୁଣ ପରିଣତି ଅଶୋକଙ୍କ ମନରେ ଗଭୀର ଦୁଃଖ ଓ ଅନୁତାପ ଜାତ କରିଥିଲା । ହିଂସା ପ୍ରଣୋଦିତ ତରବାରିର ଜୟ ଜୟ ନୁହେଁ, ମାନବ-ହୃଦୟକୁ ଜୟ କରିବା ହିଁ ପ୍ରକୃତ ଜୟ ବୋଲି ଅନୁଭବ କରି ଅଶୋକ ଅସ୍ତ୍ର ପରିତ୍ୟାଗ କଲେ । ଉପଗୁପ୍ତ ନାମକ ଜଣେ ବୌଦ୍ଧ ସନ୍ନ୍ୟାସୀଙ୍କ ସଂସ୍ପର୍ଶରେ ଆସି ଅଶୋକ ବୌଦ୍ଧ ଧର୍ମ ଗ୍ରହଣ କରିଥିଲେ । ଏହା ପରେ ସତ୍ୟ ଓ ଅହିଂସା ବଳରେ ସେ ମାନବ ହୃଦୟକୁ ଜୟ କରିବା ପାଇଁ ଆତ୍ମ ନିୟୋଗ କଲେ । ସେ ନିଜ ବିଜୟ ପରେ ସୁନ୍ଦର ଭାବେ ଗଢି ତୋଳିଲେ ଓ ନିଜ ସାମ୍ରାଜ୍ୟରେ ମିଶେଇ ଥିଲେ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ବାମାପଦ ତ୍ରିପାଠୀ ଏବେ ସମାଜର ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
କମ୍ପ୍ୟୁଟରରେ ଯେଉଁ କି-ବୋର୍ଡ଼ ବ୍ୟବହାର ହୁଏ ତାହା ଦେଖିବାକୁ ପୁରା ଟାଇପ ରାଇଟରର କି-ବୋର୍ଡ଼ ଭଳି । କି-ବୋର୍ଡ଼କୁ ଓଡ଼ିଆରେ କୁଞ୍ଚିପଟା କୁହାଯାଇଥାଏ । ଏହାକୁ ସାଧାରଣତଃ "କ୍ଵେରଟି"(QWERTY) କି-ବୋର୍ଡ଼ କୁହାଯାଏ କାରଣ ଏହାର ଅକ୍ଷର କୁଞ୍ଚି ଗୁଡ଼ିକ ଇଂରାଜୀ ଅକ୍ଷର Q,W,E,R,T,Yରୁ ଆରମ୍ଭ ହଉଛି । କି-ବୋର୍ଡ଼ ଅନେକ ଗୁଡ଼ିଏ "କି"(Key) ବା କୁଞ୍ଚିର ସମାହାର । ଏହା କମ୍ପ୍ୟୁଟରକୁ ଯାନ୍ତ୍ରୀକ ଯକୃତ(Mechanical Lever) ଭାବେ ବୈଦ୍ୟୁତିକ ସୁଇଚ (Electronic Switch)ଦ୍ଵାରା ପରିକଳିତ କରେ । ଏହା ମୋଟ ଉପରେ କମ୍ପ୍ୟୁଟର ପାଇଁ ଏକ ନିବେଶକାରୀ (Input) ଉପକରଣ ଅଟେ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ବିଶ୍ଵନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କ ଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ମିଳିତ ଜାତିସଂଘ ଗୋଟିଏ ଅନ୍ତଃ -ସରକାରୀ ଅନୁଷ୍ଠାନ ଯାହା ଅନ୍ତର୍ଜାତିକ ସହଯୋଗକୁ ବିକଶିତ କରିଥାଏ । ପୂର୍ବରୁ ନିଷ୍କ୍ରିୟ ଥିବା ଥିବା କେତେକ ରାଷ୍ଟ୍ରର ଗୋଷ୍ଠୀକୁ ପରିବର୍ତିତ ରୂପ ଦେଇ ୨୪ ଅକ୍ଟୋବର ୧୯୪୫ରେ ମିଳିତ ଜାତିସଂଘର ସଂସ୍ଥାପନା ହେଇଥିଲା । ଦ୍ଵିତୀୟ ମହାସମର ପରେ ଯେମିତି ସେପରି ନ ହୁଏ ସେତେବେଳେ ୫୧ଟି ସଦସ୍ୟ ରାଷ୍ଟ୍ରକୁ ନେଇ ଗଠନ ହେଇଥିବା ମିଳିତ ଜାତିସଂଘରେ ବର୍ତମାନ ସଦସ୍ୟ ସଂଖ୍ୟା ୧୯୩ । ମିଳିତ ଜାତିସଂଘର ମୁଖ୍ୟ କାର୍ଜ୍ୟାଳୟ ନିଉୟର୍କ ସହରର ମାନହାଟ୍ଟନଠାରେ ଅବସ୍ଥିତ । ଏହା ବ୍ୟତୀତ ଜେନେଭା , ନାଇରୋବି ,ଏବଂ ଭିଏନାରେ ମଧ୍ୟ ମୁଖ୍ୟ କାର୍ଜ୍ୟାଳୟ ସବୁ ରହିଛି ।ଏହି ସଂଗଠନ ସଦସ୍ୟ ରାଷ୍ଟ୍ର ସମୂହଙ୍କ ସ୍ଵେଚ୍ଛାକୃତ ଏବଂ ଆତ୍ମ ନିର୍ଧାରିତ ଅନୁଦାନଦ୍ଵାରା ପରିଚାଳିତ ହୁଏ । ଏହାର ମୂଳ ଲକ୍ଷ୍ୟ ହେଲା ଅନ୍ତର୍ଜାତିକ ଶାନ୍ତି ଓ ସୁରକ୍ଷା ବଜାୟ ରଖିବା , ମାନବିକ ଅଧିକାରର ଅଗ୍ରାଧିକାର , ସାମାଜିକ ଓ ଅର୍ଥନୈତିକ ସନ୍ତୁଳନ ରଖିବା , ପରିବେଶର ସୁରକ୍ଷା କରିବା ଓ ମରୁଡି ବା ପ୍ରକୃତିକ ଦୁର୍ବିପାକ ସମୟରେ ମାନବିକ ସାହାଯ୍ୟ ଯୋଗେଇଦେବା , ଓ ସାମରିକ ଦ୍ଵନ୍ଦର ସମାଧାନ କରିବା ।
ଆବୁଲ କଲାମ ଆଜାଦ (୧୧ ନଭେମ୍ବର ୧୮୮୮- ୨୨ ଫେବୃଆରୀ ୧୯୫୮)ବା ମୌଲାନା ସୟୀଦ ଅବୁଲ କାଲାମ ଗୁଲାମ ମୁହିୟୁଦ୍ଦିନ ଅଦମଦ ବିନ ଖୈରୁଦ୍ଦିନ ଅଲ୍-ଦୁସୈନି ଆଜାଦ (ପୁରା ନାମ) ଥିଲେ ଜଣେ ଭାରତୀୟ ବୁଦ୍ଧିଜୀବି ତଥା ଭାରତୀୟ ସ୍ୱାଧୀନତା ସଂଗ୍ରାମ ସମୟରେ ଜାତୀୟ କଂଗ୍ରେସର ବରିଷ୍ଠ ମୁସଲିମ ନେତା । ମୌଲାନ ଆଜାଦ ନାମରେ ପ୍ରସିଦ୍ଧ ଏହି ନେତା ଥିଲେ ସ୍ୱାଧୀନତା ପରବର୍ତ୍ତୀ ଭାରତରେ ସେ ପ୍ରଥମ ଶିକ୍ଷାମନ୍ତ୍ରୀ । ମୌଲାନା ହେଉଛି ତାଙ୍କୁ ପ୍ରଦତ୍ତ ଏକ ସମ୍ମାନାସ୍ପଦ ଉପାଧୀ ଏବଂ ସେ ତାଙ୍କ ନାମରେ ଆଜାଦ (ଅର୍ଥାତ- ମୁକ୍ତ) ଯୋଡିଦେଇଥିଲେ । ଭାରତୀୟ ଶିକ୍ଷା ବ୍ୟବସ୍ଥାକୁ ଏକ ନୂତନ ରୂପରେଖ ଦେବାରେ ତାଙ୍କର ଅବଦାନକୁ ଚିର ସ୍ମରଣୀୟ କରିବା ପାଇଁ ପ୍ରତିବର୍ଷ ତାଙ୍କ ଜନ୍ମ ଦିନକୁ ଭାରତରେ ଜାତୀୟ ଶିକ୍ଷା ଦିବସ ରୂପେ ପାଳନ କରାଯାଉଛି ।ଯୁବକ ସମୟରୁ ଆଜାଦ କବିତା ରଚନା କରିବା ତଥା ଧର୍ମ ଏବଂ ଦର୍ଶନ ସମ୍ବନ୍ଧୀୟ ଗ୍ରନ୍ଥ ରଚନା କରିବାରେ ସିଦ୍ଧହସ୍ତ ଥିଲେ । ଜଣେ ସାମ୍ବାଦିକ ଭାବେ ବ୍ରିଟିଶ ରାଜ ସମୟର ମହତ୍ତ୍ୱପୂର୍ଣ୍ଣ ଘଟଣା ସବୁର ସମୀକ୍ଷା କରିବା ସହ ଭାରତୀୟଙ୍କ ମନରେ ଜାତୀୟତା ଭାବ ଉଦ୍ରେକ କରିବାରେ ତାଙ୍କର ଅନେକ ଲେଖା ତତକାଳୀନ ସମୟରେ ବହୁ ବିଜ୍ଞ ବ୍ୟକ୍ତିଙ୍କଦ୍ୱାରା ଆଦୃତ ହେବା ସହ ତାଙ୍କର ପ୍ରଚଣ୍ଡ ବୁଦ୍ଧିମତ୍ତାର ପରିଚୟ ପ୍ରଦାନ କରିଥିଲା । ଖିଲାଫତ ଆନ୍ଦୋଳନର ନେତୃତ୍ୱ ନେବାବେଳେ ସେ ମହତ୍ମା ଗାନ୍ଧୀଙ୍କ ନିକଟ ସଂସ୍ପର୍ଶରେ ଆସିଥିଲେ । ଏହାପରେ ସେ ଗାନ୍ଧୀଙ୍କ ଅହିଂସା ତତ୍ତ୍ୱର ଏକ ଉତ୍ସାହୀ ସମର୍ଥକ ପାଲଟିଯାଇଥିଲେ ଏବଂ ସ୍ୱଦେଶୀ ଏବଂ ସ୍ୱରାଜ ସମ୍ବନ୍ଧରେ ଗାନ୍ଧୀଙ୍କ ବିଚାରଧାରା ପ୍ରଚାର କରିବାରେ ନିଜର ପ୍ରତିବଦ୍ଧତା ପରିପ୍ରକାଶ କରିଥିଲେ । ୧୯୨୩ ମସିହାରେ ମାତ୍ର ୩୫ ବର୍ଷ ବୟସରେ ସେ ଭାରତୀୟ ଜାତୀୟ କଂଗ୍ରେସର ସଭାପତି ପଦ ଅଳଂକୃତ କରି ନିଜର ଦକ୍ଷତା ପ୍ରତିପାଦନ କରିପାରିଥିଲେ ।
ଦଗ୍ଧ ଶବ୍ଦ ଚର୍ମ ବା ଅନ୍ୟାନ୍ୟ ତନ୍ତୁମାନଙ୍କର ଉତ୍ତାପ, ବିଦ୍ୟୁତ, ରାସାୟନିକ ପଦାର୍ଥ, ଘର୍ଷଣ ବା ରାଡିଏସନଦ୍ୱାରା ଆଘାତକୁ କୁହାଯାଏ । ଗରମ ତରଳ ବା କଠିନ ପଦାର୍ଥ କିମ୍ବା ଅଗ୍ନି ସଂସ୍ପର୍ଶରେ ଆସିବା ଫଳରେ ଦଗ୍ଧ ହୁଏ । ପୃଥିବୀର ଅଧିକାଂଶ ମହିଳା ଖୋଲା ଚୁଲି ବା ବିପଦ ଜନକ ରନ୍ଧା ସ୍ଟୋଭ ଯୋଗୁ ସଙ୍କଟରେ ପଡ଼ନ୍ତି । ଆଲକୋହୋଲିଜ୍ମ ବା ଧୁଆଁ ଏହାର ଅନ୍ୟ ସଙ୍କଟଦାୟୀ ଅବସ୍ଥା । ଆତ୍ମଘାତୀ ଦଗ୍ଧ ବା ଲୋକମାନଙ୍କ ମଧ୍ୟରେ ହିଂସା ଯୋଗୁ ମଧ୍ୟ ଏହା ହୁଏ ।ଚର୍ମର ବାହ୍ୟ ସ୍ତରର ଦଗ୍ଧକୁ ବାହ୍ୟ ବା ପ୍ରଥମ ଡିଗ୍ରୀ(ପରିମାଣ) ଚର୍ମ ଦଗ୍ଧ କୁହାଯାଏ । ଏହା ଲାଲ ଦେଖାଯାଏ, ଏଥିରେ ଫୋଟକା ହୁଏ ନାହିଁ ଓ ଯନ୍ତ୍ରଣା ପ୍ରାୟ ୩ ଦିନ ରହେ । ଦଗ୍ଧ ଆଘାତ କିଛି ସ୍ତର ଗଭୀର ହୋଇଥିଲେ ତାହାକୁ ଆଂଶିକ ମୋଟେଇ ବା ୨ୟ ଡିଗ୍ରୀ ଦଗ୍ଧ କୁହାଯାଏ । ଏଥିରେ ଫୋଟକା ହୁଏ ଓ ଅତ୍ୟନ୍ତ କଷ୍ଟ ହୁଏ । କ୍ଷତ ପୂରଣ ହେବାକୁ ପ୍ରାୟ ୮ ସପ୍ତାହ ଲାଗେ ଓ କ୍ଷତ ଚିହ୍ନ (scar) ରହିଯାଏ । ସ୍ଥୁଳ ବା ସମସ୍ତ ସ୍ତର ଚର୍ମ ଦଗ୍ଧ ହେଲେ ତାହାକୁ ୩ୟ ଡିଗ୍ରୀ ଦଗ୍ଧ କୁହାଯାଏ । ଅନେକ ସମୟରେ ଏଥିରେ କଷ୍ଟ ହୁଏନି ଓ ସେ ସ୍ଥାନଟି ଶକ୍ତ ବା ସ୍ଟିଫ ହୋଇଯାଏ । ଏହା ଛାଏଁ ଶୁଖିଯାଏନି । ଚତୁର୍ଥ ଡିଗ୍ରୀ ଦଗ୍ଧରେ ଚର୍ମ ସହିତ ମାଂସପେଶୀ, ପେଶୀ ରଜ୍ଜୁ ଓ ଅସ୍ଥି ମଧ୍ୟ ଆଘାତ ପ୍ରାପ୍ତ ହୋଇଥାଏ । ଏହି ପ୍ରକାର ଦଗ୍ଧରେ ଆଘାତ ସ୍ଥାନ କଳା ପଡ଼ିଯାଏ ଓ ନଷ୍ଟ ହୋଇଯାଏ । ଦଗ୍ଧକୁ ସାଧାରଣତଃ ପ୍ରତିରୋଧ କରିହୁଏ । ସାଂଘାତିକତା ଉପରେ ଏହାର ଚିକିତ୍ସା ନିର୍ଭର କରେ । ବାହ୍ୟ ଦଗ୍ଧ ଥିଲେ କଷ୍ଟ ନିବାରକ ଔଷଧ ଓ ସାମାନ୍ୟ ଉପଚାର ଯଥେଷ୍ଟ ହୁଏ କିନ୍ତୁ ସାଂଘାତିକ ଦଗ୍ଧ ଥିଲେ ସ୍ପେସିଆଲ ବର୍ଣ୍ଣ କେନ୍ଦ୍ରରେ ଲମ୍ବା ସମୟ ଧରି ଚିକିତ୍ସା ଚିକିତ୍ସା କରାଯାଏ । ଟ୍ୟାପ ପାଣିରେ ଥଣ୍ଡା କରିଲେ କଷ୍ଟ ଓ କ୍ଷତି କମିଯାଏ ; କିନ୍ତୁ ଅତ୍ୟଧିକ ସମୟ ଥଣ୍ଡା କରିଲେ ଶରୀରରେ ସ୍ୱଳ୍ପ ଉତ୍ତାପ ହୁଏ । ଆଂଶିକ ଚର୍ମ ଦଗ୍ଧ ଥିଲେ ସାବୁନ ଓ ପାଣିଦେଇ ପରିସ୍କାର କରାଯାଏ ଓ ତାପରେ ଡ୍ରେସିଙ୍ଗ କରାଯାଏ । ଫୋଟକାର ସଠିକ ଚିକିତ୍ସା ନିଶ୍ଚିତ ନ ଥିଲେ ମଧ୍ୟ ଛୋଟ ଆକାର ଥିଲେ ତାକୁ ଛାଡ଼ି ଦିଆଯାଏ, ବଡ଼ ଆକାର ଥିଲେ ତାହାକୁ ନିଷ୍କାସନ କରିଦିଆଯାଏ । ସମ୍ପୁର୍ଣ୍ଣ ଦଗ୍ଧ ଥିଲେ ଚର୍ମ ଗ୍ରାଫ୍ଟ ଅପରେଶନ ଆବଶ୍ୟକ ହୁଏ । ଅତ୍ୟଧିକ ଦଗ୍ଧ ହୋଇ ଫୁଲିଯାଇ ଥିଲେ ବା କ୍ୟାପିଲାରି ଲିକ ଥିଲେ ବହୁତ ପରିମାଣର ତରଳ ପଦାର୍ଥ ଦିଆଯାଏ । ଏହାର ଜଟିଳତାରେ ସଂକ୍ରମଣ ସବୁଠାରୁ ସାଧାରଣ । ଟିଟାନସ ଟକ୍ସଏଡ ଆବଶ୍ୟକ ସ୍ଥଳେ ଦିଆଯାଏ । ସନ ୨୦୧୩ରେ ନିଆଁ ଓ ଉତ୍ତାପ ଯୋଗୁ ୩୫ ନିୟୁତ ଲୋକ ଦଗ୍ଧଦ୍ୱାରା ଆଘାତ ପ୍ରାପ୍ତ ହୋଇଥିଲେ । ଏହା ଫଳରେ ୨.୯ନିୟୁତ ଲୋକ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ ଓ ୨୩୮,୦୦୦ ମୃତ୍ୟୁ ବରଣ କରିଥିଲେ । ବିକାଶଶୀଳ ଦେଶ ଯେପରିକି ଦକ୍ଷିଣ-ପୂର୍ବ ଏସିଆରେ ଅଧିକାଂଶ ମୃତ୍ୟୁ ହୋଇଥିଲା । ବଡ଼ ଦଗ୍ଧ ଘାତକ ହୋଇଥିଲେ ମଧ୍ୟ ସନ ୧୯୬୦ ପରଠାରୁ ଶିଶୁ ଓ ଅଳ୍ପ ବୟସ୍କ ଯୁବକମାନଙ୍କର ଚିକିତ୍ସାର ଫଳାଫଳରେ ଉନ୍ନତି ହୋଇଛି । ଯୁକ୍ତରାଷ୍ଟ୍ର ଆମେରିକାରେ ଦଗ୍ଧ କେନ୍ଦ୍ରରେ ଆଡମିଶନ ହେଉଥିବା ଲୋକଙ୍କ ମଧ୍ୟରୁ ପ୍ରାୟ ୯୬% ବଞ୍ଚିଯାଉଛନ୍ତି । ପୁରୁଷ ଓ ମହିଳା ସମ ଭାବରେ ଆଘାତ ପ୍ରାପ୍ତ ହୁଅନ୍ତି । ବୟସ ଓ ଦଗ୍ଧର ଆକାର ଅନୁସାରେ ଦିର୍ଘକାଳୀନ ଫଳ ନିର୍ଭର କରେ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ବାଲିଯାତ୍ରା (ଡ଼ଙ୍ଗାଭସା ବା ବୋଇତ ବନ୍ଦାଣ ନାମରେ ମଧ୍ୟ ଜଣା)ଏକ ଓଡ଼ିଆ ପର୍ବ । ବାଲିଯାତ୍ରା ଓଡ଼ିଶାର ଗୌରବପୂର୍ଣ୍ଣ ଐତିହ୍ୟର ଯାତ୍ରା । ବାଲିଯାତ୍ରା ଏପରି ଏକ ଗଣମହୋତ୍ସବ ଯାହା ଓଡ୍ର, କଳିଙ୍ଗ, ଉତ୍କଳ, ତୋଷାଳୀ, କଙ୍ଗୋଦ ଓ କୋଶଳର ସମନ୍ଵୟଭିତ୍ତିକ ଯାତ୍ରା । ଆଧୁନିକ ଓଡ଼ିଶା ଉପରୋକ୍ତ ରାଷ୍ଟ୍ରଗୁଡିକର ପରିବର୍ତ୍ତିତ ରୂପ । ଏହି ଯାତ୍ରା (ଅକ୍ଟୋବର-ନଭେମ୍ବର) କାର୍ତ୍ତିକ ମାସର ପୂର୍ଣ୍ଣିମା ଠାରୁ ଆରମ୍ଭ ହୋଇଥାଏ । ଆଗ କାଳରେ ସାଧବପୁଅମାନେ ନିଜ ବୋଇତରେ ଜାଭା, ବାଲି, ସୁମାତ୍ରା,ବୋର୍ଣ୍ଣିଓ (ଏବେକାର ଇଣ୍ଡୋନେସିଆ) ଆଦି ସ୍ଥାନକୁ ବେପାର ବଣିଜ କରିବାକୁ ଯାଉଥିଲେ ଯାହାର ସ୍ମୃତିରେ ଉପକୂଳ ଅଞ୍ଚଳମାନଙ୍କରେ ବାଲିଯାତ୍ରାର ଆୟୋଜନ କରାଯାଇଥାଏ ।ଓଡ଼ିଶାର କଟକ ସହରରେ ବୋଇତ ବନ୍ଦାଣ ବା ବାଲିଯାତ୍ରାର ମହାସମାଗମ ହୋଇଥାଏ । କାର୍ତ୍ତିକ ପୂର୍ଣ୍ଣିମା ଦିନ ଓଡ଼ିଆମାନେ ଆକାମାବୈ ଗୀତ ବୋଲି ଡଙ୍ଗା ଭସାଇଥାନ୍ତି ଓ ଓଡ଼ିଶାର ଏହି ଅତୀତର ଇତିହାସକୁ ମନେପକାଇଥାନ୍ତି । ଏହି ସମୟକୁ ସାଧବମାନେ ବେପାର-ବଣିଜ ପାଇଁ ପ୍ରକୃଷ୍ଟ ସମୟ ଭାବୁଥିଲେ କାରଣ ପବନର ଗତି ସେମାନଙ୍କ ଯାତ୍ରାକୁ ସହଜ କରୁଥିଲା । କଟକଠାରେ ବାଲିଯାତ୍ରା ପ୍ରତି ବର୍ଷ ଗଡ଼ଗଡ଼ିଆ ଘାଟ ଓ ବାରବାଟି ଦୁର୍ଗ ନିକଟରେ ଅନୁଷ୍ଠିତ ହୋଇଥାଏ। ଏଠାକୁ ଓଡ଼ିଶା ଓ ଦେଶର ବିଭିନ୍ନ ପ୍ରାନ୍ତରୁ ଅନେକ ବ୍ୟବସାୟୀ ଆସିଥାନ୍ତି । ଦେଶର ବିଭିନ୍ନ ପ୍ରାନ୍ତର ହସ୍ତ-ଶିଳ୍ପ ଦେଖିବାକୁ ମିଳିଥାଏ । ବାଲିଯାତ୍ରାରେ କଟକ ପ୍ରସିଦ୍ଧ ଦହିବରା-ଆଳୁଦମ ଓ ଠୁଙ୍କାପୁରି ଇତ୍ୟାଦି ଖାଦ୍ୟ ବହୁସ୍ଥାନରେ ବିକ୍ରିହୁଏ |
ସାତକଡ଼ି ହୋତା, ଓଡ଼ିଶା ସାହିତ୍ୟ ଏକାଡେମୀ ସମ୍ମାନପ୍ରାପ୍ତ ଜଣେ ଓଡ଼ିଆ ସାହିତ୍ୟିକ ଓ ସମ୍ପାଦକ ଅଟନ୍ତି । ଗଳ୍ପ, ଉପନ୍ୟାସ, କବିତା, ଅନୁବାଦ ଓ ଆତ୍ମଜୀବନୀ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ସେ ଲେଖନୀ ଚାଳନା କରିଛନ୍ତି । ସେ ଭାରତୀୟ ରେଳସେବାରୁ ଅବସର ନେଇସାରିଛନ୍ତି । ଓଡ଼ିଶା ସାହିତ୍ୟ ଏକାଡେମୀର ସଭାପତି ଓ ସମୟ ଖବରକାଗଜର ସମ୍ପାଦକଭାବରେ ମଧ୍ୟ ସେ କାର୍ଯ୍ୟ କରିଛନ୍ତି । ୧୯୮୫ମସିହାରେ "ଭୁବନେଶ୍ୱର ପୁସ୍ତକ ମେଳା" ଆରମ୍ଭ କରିବାରେ ସେ ଥିଲେ ଅନ୍ୟତମ ଉଦ୍ୟୋକ୍ତା ।