ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ବିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ବତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ବପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ବରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ବାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ବରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ବାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ପିଠା ବା ପିପୁଲ୍ସ ଏମ୍ପାଓ୍ୱାରମେଣ୍ଟ ଏନାବ୍ଲିଂ ଟାନ୍ସପରେନ୍ସି ଆଣ୍ଡ ଆକାଉଣ୍ଟେବିଲିଟି ଅଫ ଓଡ଼ିଶା ଇନିସିଏଟିଭ୍ସ(Peoples Empowerment - Enabling Transparency and Accountability of Odisha Initiatives (PEETHA)) ଓଡ଼ିଶା ସରକାରଙ୍କ ଦ୍ୱାରା ପ୍ରଣୟନ କରା ଯାଇଥିବା ଏକ ଯୋଜନା । ଏହା ଆମ ଗାଁ ଆମ ବିକାଶ ଯୋଜନାର ଏକ ଉପ ଯୋଜନା । ସରକାରୀ ଯୋଜନାର ସ୍ୱଚ୍ଛତା ବଜାୟ ରଖିବା, ଲୋକଙ୍କୁ ସଶକ୍ତ କରିବା, ଏବଂ ସରକାରୀ ଯୋଜନା ଗୁଡିକ ସହ ଲୋକଙ୍କୁ ସୁଚାଇ ରଖିବା ଏହି ଯୋଜନାର ମୂଳ ଲକ୍ଷ ।
କାମାକ୍ଷା ପ୍ରସାଦ ସିଂହଦେଓ (ଜନ୍ମ: ୬ ଅଗଷ୍ଟ ୧୯୪୧) ଜଣେ ଭାରତୀୟ ରାଜନେତା । ସେ ଭାରତର ସଂସଦରେ ରାଜ୍ୟ ସଭା ଏବଂ ୪ର୍ଥ, ୭ମ, ୮ମ, ୧୦ମ, ୧୧ଶ ଓ ୧୩ଶ ଲୋକ ସଭାର ସଦସ୍ୟ ଭାବରେ କାର୍ଯ୍ୟ କରିଛନ୍ତି । ସେ ପ୍ରଥମେ ୧୯୬୭ ମସିହାରେ ୪ର୍ଥ ଲୋକ ସଭାକୁ ସ୍ୱତନ୍ତ୍ର ପାର୍ଟି ତରଫରୁ ନିର୍ବାଚିତ ହୋଇଥିଲେ । ସେ ଭାରତୀୟ ରାଜନୀତିରେ ଢେଙ୍କାନାଳ ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ପ୍ରତିନିଧିତ୍ୱ କରିଥିଲେ ଏବଂ ବର୍ତ୍ତମାନ ସେ କଂଗ୍ରେସ ଦଳର ଜଣେ ସଭ୍ୟ । ସେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସଭାପତି ଭାବରେ ମଧ୍ୟ କିଛିଦିନ କର୍ଯ୍ୟ କରିଥିଲେ ।ତାଙ୍କୁ ୧୯୭୧ ମସିହାରେ କ୍ଷେତ୍ରୀୟ ସେନାରେ ନିଯୋଗ କରାଯାଇଥିଲା ଏବଂ ୧୯୯୪ରେ ସେ ଅତି ବିଶିଷ୍ଟ ସେବା ମେଡାଲରେ ପୁରସ୍କୃତ କରାଯାଇଥିଲା । ସେ ଭାରତର ରାଷ୍ଟ୍ରପତିଙ୍କର ସୁରକ୍ଷା ଦାୟିତ୍ୱରେ ମଧ୍ୟ ରହିଥିଲେ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଜିରୋଡର୍ମା ପିଗମେଣ୍ଟୋସମ (ଇଂରାଜୀ ଭାଷାରେ Xeroderma pigmentosum/ XP) ଏକ ଜେନେଟିକ ରୋଗ (Genetic disorder) ଅଟୋସୋମାଲ ରିସିସିଭ (autosomal recessive) ଯେଉଁଥିରେ ଅଲଟ୍ରାଭାୟୋଲେଟ ରଶ୍ମୀଦ୍ୱାରା (ultraviolet/ UV) କ୍ଷତିଗ୍ରସ୍ତ ଡିଏନଏ (DNA damage) ମରାମତ ଶକ୍ତି କମିଯାଏ । ଏହି ରୋଗ ଥିଲେ ଖରାରେ ଅଳ୍ପ କିଛି ମିନିଟ ରହିଲେ ସାଂଘାତିକ ସନବର୍ଣ୍ଣ (sunburn) ହୁଏ, ଶୁଷ୍କ ଚର୍ମ, ସୂର୍ଯ୍ୟାଲୋକ ପଡ଼ିବା ସ୍ଥାନରେ ମେଲାନିନ ପିଗମେଣ୍ଟ ଏକତ୍ର ଅଧିକ ହୋଇ କଳାଦାଗ (freckling) ପଡ଼ିଯାଏ ଓ ଚର୍ମରେ ପିଗମେଣ୍ଟେସନ ହୁଏ ଶ୍ରବଣ ହାନୀ, ନିୟନ୍ତ୍ରଣ ଅଭାବ, ବୌଦ୍ଧିକ କର୍ମ ହାନୀ ଓ ବାତ ଭଳି ସ୍ନାୟୁ ମଣ୍ଡଳ ସମସ୍ୟା ସୃଷ୍ଟି ହୁଏ । ରୋଗ ଜଟିଳ ହେଲେ ୧୦ ବର୍ଷ ବୟସ ମଧ୍ୟରେ ପ୍ରତିଷେଧ ବ୍ୟବସ୍ଥା ନ ପାଇ ଥିଲେ ଅର୍ଦ୍ଧେକ ସଂଖ୍ୟକ ଚର୍ମ କର୍କଟ ଓ ପରଳ ଆଦି ସମସ୍ୟା ଉପୁଜେ । ମସ୍ତିଷ୍କ କର୍କଟ ସଙ୍କଟ ମଧ୍ୟ ରହିପାରେ ।ନଅଟି ନିର୍ଦ୍ଦିଷ୍ଟ ମ୍ୟୁଟେସନ (mutations) ହେଲେ ଏହି ରୋଗ ସମ୍ଭବ ହୁଏ । ସାଧାରଣତଃ ଅଲଟ୍ରାଭୟୋଲେଟ ରଶ୍ମୀଦ୍ୱାରା କ୍ଷତିଗ୍ରସ୍ତ ଡିଏନଏ ଚର୍ମ ଜୀବକୋଷ ନ୍ୟୁକ୍ଲିଓଟାଇଡ ଏକସିସନ ରିପେୟାର (skin cells) ସାହାଯ୍ୟରେ ମରାମତ ହୁଏ । ଜିରୋଡର୍ମା ପିଗମେଣ୍ଟୋସମ ରୋଗରେ ଏହି ମରାମତ ହୋଇପାରେନାହିଁ । ଡିଏନଏ ଅଧିକ କ୍ଷତିଗ୍ରସ୍ତ ହୋଇଥିଲେ କର୍କଟ ରୋଗ ହୋଇଥାଏ ଓ ମୃତ୍ୟୁ ହୁଏ । ଲକ୍ଷଣ ଦେଖି ଓ ଜେନେଟିକ ପରୀକ୍ଷା (genetic testing) କରି ରୋଗ ନିର୍ଣ୍ଣୟ କରାଯାଏ ।ଏହି ରୋଗ ଆରୋଗ୍ୟ ହୁଏନାହିଁ । ସୂର୍ଯ୍ୟାଲୋକଠାରୁ ଦୂରରେ ରହିବାହିଁ ଏହାର ଚିକିତ୍ସା । ସେଥିପାଇଁ ସୁରକ୍ଷାକାରୀ ଲୁଗାପଟା, ସନସ୍କ୍ରିନ (sunscreen) ଓ କଳା ଚଷମା ବ୍ୟବହାର କରିବାକୁ ହୁଏ । ରେଟିନଏଡ କ୍ରିମ (retinoid creams) ବ୍ୟବହାର କଲେ ଚର୍ମ କର୍କଟ ସଙ୍କଟ କମିଯାଏ । ଜୀବସାର ଘ (vitamin D) ପରିପୂରକ ଆବଶ୍ୟକ ହୁଏ । ଚର୍ମ କର୍କଟ ହେଲେ ତାହାର ଉପଯୁକ୍ତ ଚିକିତ୍ସା କରାଯାଏ । ସାଧାରଣ ଆୟୁଷଠାରୁ (Life expectancy) ଏହି ରୋଗରେ ଆୟୁଷ ୩୦ ବର୍ଷ କମିଯାଏ । ଏହି ରୋଗ ଜାପାନରେ ପ୍ରତି ୨୦,୦୦୦ ଲୋକରେ ଜଣକୁ, ଯୁକ୍ତରାଷ୍ଟ୍ର ଆମେରିକାରେ ୨୫୦,୦୦୦ ଲୋକରେ ଜଣକୁ ଓ ୟୁରୋପରେ ପ୍ରତି ୪୩୦,୦୦୦ ଲୋକରେ ଜଣକୁ ହୁଏ । ପୁରୁଷ ଓ ମହିଳା ଉଭୟଙ୍କୁ ସମ ଭାବରେ ଆକ୍ରମଣ କରେ । ସନ ୧୮୭୦ରେ ଜିରୋଡର୍ମା ପିଗମେଣ୍ଟୋସମ ରୋଗ ପ୍ରଥମେ ମୋରଜ କାପୋସି (Moritz Kaposi) ବର୍ଣ୍ଣନା କରିଥିଲେ । ସନ ୧୮୮୨ରେ କାପୋସି ଏହି ରୋଗର ଶୁଷ୍କ ଓ ପିଗମେଣ୍ଟେଡ ଆକୃତି ଦେଖି ଏହାର ନାମ ଜିରୋଡର୍ମା ପିଗମେଣ୍ଟୋସମ ରଖିଥିଲେ । ଏଭଳି ରୋଗୀଙ୍କୁ ରାତ୍ରୀର ଶିଶୁ ("children of the night") ମଧ୍ୟ କୁହାଯାଏ ।
ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମଦିନ ରୂପେ ବଡ଼ଦିନକୁ (ଈଂରାଜୀରେ Christmas, ଉଚ୍ଚାରଣ – କ୍ରିସ୍ମସ୍) ଖ୍ରୀଷ୍ଟ ଧର୍ମାବଲମ୍ଵୀମାନେ ବଡ଼ ଧୁମ୍ଧାମ୍ର ସହିତ ପ୍ରତିବର୍ଷ ଡିସେମ୍ଵର ୨୫ ତାରିଖ ଦିନ ପାଳନ କରିଥାନ୍ତି । ଖ୍ରୀଷ୍ଟୀୟ ପାଞ୍ଜି ବା ଗୀର୍ଜାର କ୍ୟାଲେଣ୍ଡର୍ ଅନୁସାରେ ଖ୍ରୀଷ୍ଟ ଜନ୍ମର କିଛି ଦିନ ପୂର୍ବରୁ ଉପବାସ ଓ ନିଷ୍ଠା ପୂର୍ବକ ପୂଜାପାଠ ଆରମ୍ଭ ହୋଇ ବଡ଼ଦିନ ଉତ୍ସବର ଆରମ୍ଭ ହୋଇଥାଏ ଏବଂ ତାହା ଦ୍ଵାଦଶ ଦିନରେ ସରି ଏକ ଉତ୍ସବ ପରି ପାଳିତ ହୁଏ । କିଛି ଦେଶର ସ୍ଥାନୀୟ ସଂସ୍କୃତି ଅନୁସାରେ ଏହି ଉତ୍ସବ ଆଠ ଦିନ ଧରି ମଧ୍ୟ ପାଳିତ ହୁଏ । ଖ୍ରୀଷ୍ଟ ଧର୍ମାବଲମ୍ଵୀ ବା ଅନେକ ଦେଶରେ ଅଣ-ଖ୍ରୀଷ୍ଟୀୟ ଜନସମୂହଙ୍କର ମୁଖ୍ୟ ପର୍ବ ହୋଇଥିବାରୁ ଭାରତ ସମେତ ଅନେକ ଦେଶରେ ବଡ଼ଦିନକୁ ଏକ ସରକାରୀ ଛୁଟିଦିନ ରୂପେ ଘୋଷିତ କରାଯାଇଛି ।ବାଇବେଲ୍ର “ନ୍ୟୁ ଟେଷ୍ଟାମେଣ୍ଟ୍” (ନୂତନ ନିୟମାବଳୀ) ଅନୁସାରେ ବେଥ୍ଲେହେମ୍ଠାରେ ଯୀଶୁଙ୍କ ଜନ୍ମ ଗ୍ରହଣର ବୃତ୍ତାନ୍ତ ବଡ଼ଦିନ ଉତ୍ସବର ପାରମ୍ପରିକ ମୂଳଦୁଆ । ସନ୍ଥ ଜୋସେଫ୍ ଓ ମାତା ମେରି (ମରିୟମ୍) ବେଥ୍ଲେହେମ୍ ସହରରେ ପହଞ୍ଚି ଜାଣିବାକୁ ପାଇଥିଲେ ଯେ ସେମାନଙ୍କ ରହିବା ପାଇଁ କୌଣସି ପାନ୍ଥନିବାସ ନାହିଁ । ତେଣୁ ଏକ ମେଣ୍ଢାଶାଳରେ ମାତା ମେରିଙ୍କୁ ରହିବାକୁ ପଡ଼ିଥିଲା ଓ ସେଠାରେ ସେ ଯୀଶୁଙ୍କୁ ଜନ୍ମଦାନ କରିଥିଲେ । ଦେବଦୂତ (angels) ଓ ମେଷପାଳକମାନେ ମିଶି ଏହି ଶୁଭ ମୁହୂର୍ତ୍ତ ବିଷୟରେ ସଭିଙ୍କୁ ଜଣାଇଲେ ଓ ଯୀଶୁ ଜନ୍ମ ନେବା କଥା ପ୍ରଚାରିତ ହୋଇଗଲା ।ଯୀଶୁଙ୍କ ପ୍ରକୃତ ଜନ୍ମ ତାରିଖ ଓ ମାସ ସମସ୍ତଙ୍କୁ ଅଜ୍ଞାତ, କିନ୍ତୁ ଚତୁର୍ଥ ଶତାବ୍ଦୀର ପ୍ରଥମାର୍ଦ୍ଧରେ “ୱେଷ୍ଟର୍ଣ୍ଣ୍ ଖ୍ରୀଷ୍ଟିୟାନ୍ ଚର୍ଚ୍ଚ୍” (ପାଶ୍ଚାତ୍ୟ ଦେଶମାନଙ୍କ ପ୍ରମୁଖ ଗୀର୍ଜାଘରମାନେ) ଡିସେମ୍ଵର ୨୫ ତାରିଖକୁ ଖ୍ରୀଷ୍ଟଙ୍କ ଜନ୍ମ ବୋଲି ଅଭିହିତ କଲେ ଓ ପ୍ରାଚ୍ୟ ଦେଶମାନଙ୍କରେ ମଧ୍ୟ ଏହି ପ୍ରଥା ପ୍ରଚଳିତ ହେଲା । ବର୍ତ୍ତମାନ ସମୟରେ ଗ୍ରେଗୋରିଆନ୍ ପାଞ୍ଜି ବା କ୍ୟାଲେଣ୍ଡର୍ ଓ ଅଧିକାଂଶ ଦେଶର ସରକାରୀ କ୍ୟାଲେଣ୍ଡର୍ ଡିସେମ୍ଵର ୨୫କୁ ବଡ଼ଦିନ ବୋଲି ଘୋଷଣା କରିଛନ୍ତି । କେତେକ ପ୍ରାଚ୍ୟ ଦେଶରେ ଅନୁସୃତ ଜୁଲିଆନ୍ ପାଞ୍ଜି ବା କ୍ୟାଲେଣ୍ଡର୍ର ଡିସେମ୍ଵର ୨୫ ତାରିଖ (ଯାହା ଗ୍ରେଗୋରିଆନ୍ ପାଞ୍ଜି ଅନୁସାରେ ଜାନୁଆରୀ ୭ ତାରିଖ) ଦିନ ବଡ଼ଦିନ ପାଳିତ ହୋଇଥାଏ । ଜୁଲିଆନ୍ ପାଞ୍ଜିର ବଡ଼ଦିନ ଗ୍ରେଗୋରିଆନ୍ ପାଞ୍ଜିର ଏପିଫ୍ୟାନି ବା ପ୍ରଭୁପ୍ରକାଶ ପର୍ବ (ଜାନୁଆରୀ ୬ ତାରିଖ)ର ପରବର୍ତ୍ତୀ ଦିନ ପଡ଼ିଥାଏ । ଖ୍ରୀଷ୍ଟ ଧର୍ମାବଲମ୍ଵୀ ଏହାକୁ ଏକ ବିବାଦ ନୁହେଁ ବରଂ ପାଞ୍ଜି ଅନୁସରଣ କରିବାର ଏକ ଭିନ୍ନ ଦିଗ ଭାବେ ପରିଗଣିତ କରିଥାନ୍ତି । ଅନ୍ୟ ଏକ ଦୃଷ୍ଟିଭଙ୍ଗୀ ଅନୁସାରେ ଜଗତର ପାପମୋଚନ କରିବା ପାଇଁ ଭଗବାନ ଯୀଶୁ ଅବତାର ରୂପେ ପୃଥିବୀପୃଷ୍ଠରେ ଅବତରଣ କରିଥିବାର ବେଳା ବା ଘଟଣାକୁ ପାଳନ କରାଯିବା ଏହି ଉତ୍ସବର ମୂଳ ଲକ୍ଷ୍ୟ ଏବଂ ନିର୍ଦ୍ଦିଷ୍ଟ କେଉଁ ଦିନ ଏହି ସବୁ ଘଟଣା ଘଟିଥିଲା ତାହା ନିମିତ୍ତ ମାତ୍ର ।ବଡ଼ଦିନ ପାଳନର ପରମ୍ପରାରେ ଖ୍ରୀଷ୍ଟୀୟ ଧାର୍ମିକ ପ୍ରଥା, ଖ୍ରୀଷ୍ଟପୂର୍ବ ସମୟର କିଛି ଧାର୍ମିକ ପ୍ରଥା ଓ ଅନ୍ୟ କେତେକ ଉଦାରପନ୍ଥୀ ଧାର୍ମିକ ପ୍ରଥା ସମ୍ମିଶ୍ରିତ ହୋଇ ରହିଛି । ଆଧୁନିକ ଯୁଗରେ ବଡ଼ଦିନ ପାଳନ ସମୟରେ ଉପହାର ଦେଣନେଣ, ଆଗମନ କ୍ୟାଲେଣ୍ଡର୍ର (Advent calendar) ଦିନ ଗଣିବା, ବଡ଼ଦିନର ସଙ୍ଗୀତ ଓ ପ୍ରାର୍ଥନା, ବଡ଼ଦିନ ଗଛ, ଘରକୁ ଆଲୋକମାଳାରେ ସଜ୍ଜିତ କରିବା, ଗୀର୍ଜା ଘର ତରଫରୁ ସମାଜର ଉନ୍ନତିମୂଳକ କାର୍ଯ୍ୟରେ ଯୋଗଦାନ ଦେବା, ବଡ଼ଦିନ କାର୍ଡ୍ ଦେବାନେବା, କଣ୍ଢେଇ ମାଧ୍ୟମରେ ଯୀଶୁଙ୍କ ଜନ୍ମବୃତ୍ତାନ୍ତ ଦର୍ଶାଇବା ପରି ବିଭିନ୍ନ ପ୍ରଥା ପ୍ରଚଳିତ ହୁଏ । ବଡ଼ଦିନ ସମ୍ପର୍କିତ କିଛି ସ୍ଥାନୀୟ ଲୋକକଥା ଓ ପରମ୍ପରା ମଧ୍ୟ ରହିଛି । ସନ୍ଥ ନିକୋଲାସ୍ ବା "ସାଣ୍ଟା କ୍ଲସ୍" (ଈଂରାଜୀରେ Santa Claus) ଛୋଟ ପିଲାଙ୍କ ପାଇଁ ଉପହାର ଆଣିଦେବା ସେମାନଙ୍କୁ ଉତ୍ସାହିତ ଓ ଆନନ୍ଦିତ କରିଥାଏ । ଉପହାର ଓ ଅନ୍ୟାନ୍ୟ ସାମଗ୍ରୀ କିଣାବିକା ଯୋଗୁଁ ବଡ଼ଦିନ ସମୟଟି ବ୍ୟାପାର ପାଇଁ ଉତ୍କୃଷ୍ଟ ସମୟ ଓ ଗତ କିଛି ଶତାବ୍ଦୀରେ ବିଶ୍ଵର ବିଭିନ୍ନ ସ୍ଥାନରେ ବଡ଼ଦିନ ସମୟରେ ଏହି ବ୍ୟାପାର କ୍ରମଶଃ ବୃଦ୍ଧି ପାଇବାରେ ଲାଗିଛି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ବିଶ୍ଵନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କ ଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ପୁରୁଷ ହକି ବିଶ୍ୱକପର ୧୪ତମ ସଂସ୍କରଣ ଭୁବନେଶ୍ୱରରେ ସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଟିତ ହେଉଛି । ଏହି ପ୍ରତିଯୋଗିତା ୨୮ ନଭେମ୍ବରରୁ ୧୬ ଡିସେମ୍ବର ୨୦୧୮ ପର୍ଯ୍ୟନ୍ତ ଚାଲିବ । ଏହାର ଉଦଘାଟନ ଉତ୍ସବ ୨୭ ନଭେମ୍ବରରେ ଜାକ ଯମକର ସହ ସମାପ୍ତ ହୋଇଛି । ଉଦଘାଟନୀ ଉତ୍ସବରେ ଶାହରୁଖ ଖାନ, ମାଧୁରୀ ଦୀକ୍ଷିତ ଏବଂ ଏ.ଆର ରହମାନ ଯୋଗ ଦେଇଥିଲେ । ଏଥି ସହ ଭାରତର ସବୁଠାରୁ ବଡ଼ ଡ୍ରୋଣ ଉଡାଣ ପ୍ରଦର୍ଶିତ ହୋଇଥିଲା ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ପୌରାଣିକ ମତେ ହନୁମାନ ସୁଗ୍ରୀବଙ୍କ ଭଣଜା ଓ ରାମଚନ୍ଦ୍ରଙ୍କ ଶ୍ରେଷ୍ଠ ଭକ୍ତଭାବେ ପରିଚିତ । ଏହାଙ୍କ ମାତାଙ୍କ ନାମ ଅଞ୍ଜନା; ଏ ବାୟୁଦେବତାଙ୍କ ପୁତ୍ର । ଏ ପ୍ରଥମେ ବାଳିଙ୍କର ସେନାପତି ଥିଲେ, ପରେ ବାଳିଙ୍କର ରାଜ୍ୟରୁ ବିତାଡ଼ନ ପରେ ଏ ସୁଗ୍ରୀବଙ୍କର ପାରିଷଦ ହେଲେ ସୀତାହରଣ ପରେ ରାମଚନ୍ଦ୍ରଙ୍କର ସୁଗ୍ରୀବଙ୍କ ସଙ୍ଗେ ମିତ୍ରତା ହେବାରୁ ଏ ସୀତାଙ୍କୁ ଠାବ କରିବାକୁ ଦୂତରୂପେ ଦକ୍ଷିଣକୁ ଯାଇ ଲଙ୍କାରେ ଅଶୋକବନରେ ସୀତାଙ୍କୁ ଠାବ କରି, ତାଙ୍କୁ ଶ୍ରୀରାମଙ୍କ ସଂବାଦ ଦେଇ, ତାଙ୍କଠାରୁ ଲେଉଟ ସଂବାଦ ଓ ସଂଙ୍କେତ ଆଣି ଶ୍ରୀରାମଙ୍କୁ ଦେଇଥିଲେ । ଏ ଅତ୍ୟନ୍ତ ବଳଶାଳୀ ଥିଲେ ଓ ଭାରତବର୍ଷରୁ ଲଙ୍କାକୁ ଡେଇଁଥିଲେ ଲକ୍ଷ୍ମଣଙ୍କ ଶକ୍ତିଭେଦ ହେବାରୁ ଏ ଅମରଔଷଧି ଆଣିବାକୁ ଯାଇ ଗନ୍ଧମାର୍ଦ୍ଦନ ପର୍ବତକୁ ଉପାଡ଼ି ନିଜ ମୁଣ୍ଡରେ ବୋହି ଲଙ୍କାକୁ ଆଣିବାରୁ ଲକ୍ଷ୍ମଣଙ୍କର ପ୍ରାଣରକ୍ଷା ହେଲା । ଏ ରାବଣଙ୍କ ରାକ୍ଷସ ସେନା ସଙ୍ଗେ ଖୁବ୍ ବୀରତା ସହକାରେ ୟୁଦ୍ଧ କରି ଥିଲେ ରାମଚନ୍ଦ୍ର ଦେହ ତ୍ୟାଗ କରିବା ସମଯରେ ଏହାଙ୍କୁ ଅମରବର ଦେଇଥିଲେ । କଥିତ ଅଛି ଯେ, ଲଙ୍କା ପୋଡ଼ିବା ପରେ ହନୁମାନ୍ ନିଜ ଲାଙ୍ଗୁଡ଼ରେ ଜଳୁଥିବା ନିଆଁକୁ ହାତରେ ଓ ଗୋଡ଼ରେ ମଳି ଲିଭାଇ ଦେଇ ସେହି କରତଳକୁ ମୁଁହରେ ବୋଳି ଦେବାରୁ ତାଙ୍କ ମୁହଁ କଳା ପଡ଼ିଗଲା ଓ ତଦବଧି ତାଙ୍କ ବଂଶଧରମାନେ (ହନୁମାଙ୍କଡ଼) ମୁହଁପୋଡ଼ା ବାନ୍ଦର ହେଲେ । ଦ୍ଵାପର ଯୁଗରେ ଭୀମଙ୍କ ସଙ୍ଗେ ଗନ୍ଧମାର୍ଦ୍ଦନ ପର୍ବତରେ ଏହାଙ୍କର ଭେଟ ହୋଇଥିଲା । ହିନ୍ଦୁମାନେ ଏହାଙ୍କୁ 'ମହାବୀର' ଠାକୁର ରୁପରେ ପୁଜା କରନ୍ତି ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ବର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ଵାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ବର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ବାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ବର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ବର ବିଭିନ୍ନ ସ୍ଥାନରୁ ସ୍ବେଚ୍ଛାସେବକ ମାନଙ୍କ ଅବଦାନଦ୍ବାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ବର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ବରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ବାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ବାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ବର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ପ୍ରଯୁକ୍ତି ବିଦ୍ୟା ବା ଟେକ୍ନୋଲୋଜି ଶବ୍ଦଟି ପ୍ରାଚୀନ ଗ୍ରୀକ ଶବ୍ଦାଦ୍ଵୟ τέχνη, techne, "କଳା, କୌଶଳ, ହାତର ଚମତ୍କାରିତା"; ଏବଂ -λογία, -logia "ଅଧ୍ୟୟନ"ରୁ ଅସିଛି । ଏହା ବ୍ୟବହାରିକ ବିଜ୍ଞାନକୁ ସୁଚାଇଥାଏ । କୌଣସି ସମସ୍ୟାର ସମାଧାନ, ପୂର୍ବରୁ ପ୍ରଚଳିତ ସମାଧାନର ଉନ୍ନତି କିମ୍ବା ଜୀବନ ଧାରଣ ମାନରେ ଉନ୍ନତି ପାଇଁ କୌଣସି ଏକ ଯନ୍ତ୍ର, ଉପକରଣ, କଳା କିମ୍ବା କୌଶଳର ଗଠନ, ପରିବର୍ତ୍ତନ, ବ୍ୟବହାର ଓ ଜ୍ଞନ ଆହରଣକୁ ଆମେ ପ୍ରଯୁକ୍ତି ବିଦ୍ୟା କହିଥାଉ ।
କମ୍ପୁଟର ସଫ୍ଟୱେର କିମ୍ବା ସଫ୍ଟୱେର, କମ୍ପ୍ୟୁଟର ପ୍ରୋଗ୍ରାମ, ଲାଇବ୍ରେରି ଏବଂ ସେମାନଙ୍କ ସମ୍ବନ୍ଧିତ ନଥିକରଣକୁ ନେଇ ଗଠିତ । "ସଫ୍ଟୱେର" ଶବ୍ଦଟି କେବେ କେବେ ସଙ୍କୁଚିତ ଅର୍ଥରେ ଆପ୍ଲିକେସନ ସଫ୍ଟୱେରକୁ ମଧ୍ୟ ବୁଝାଇଥାଏ । ସଫ୍ଟୱେର କମ୍ପ୍ୟୁଟର ମେମୋରିରେ ସାଇତା ହୋଇ ରହିଥାଏ ଏବଂ ଏହାକୁ କେହି ଛୁଇଁପାରିବେ ନାହିଁ ।ନିମ୍ନତମ ସୋପାନରେ, ଏକ୍ସକ୍ୟୁଟ କରାହୋଇପାରିବା କୋଡ଼ସମୂହ ଏକ ନିର୍ଦ୍ଦିଷ୍ଟ ପ୍ରସେସର– ସାଧାରଣତଃ ଏକ ସେଣ୍ଟ୍ରାଲ ପ୍ରୋସେସିଙ୍ଗ ୟୁନିଟ (ସିପିୟୁ) ସହ ସମ୍ବନ୍ଧିତ ମେସିନ ଲାଙ୍ଗୁଏଜକୁ ନେଇ ଗଠିତ । ଏକ ମେସିନ ଲାଙ୍ଗୁଏଜ ପ୍ରୋସେସର ସୂଚନାକୁ ସୂଚାଉଥିବା ବାଇନାରି ମୂଲ୍ୟକୁ ନେଇ ଗଠିତ ଦଳମାନଙ୍କୁ ନେଇ ତିଆରି । ଏହି ମୂଲ୍ୟସବୁ କମ୍ପ୍ୟୁଟରର ପୂର୍ବ ଅବସ୍ଥାକୁ ବଦଳାଇଥାଏ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ପୌଷ ମାସର ପ୍ରଥମ ଦିନ ଧନୁ ସଂକ୍ରାନ୍ତି ଭାବେ ପାଳନ କରାଯାଏ । ଏହା ପ୍ରାୟତଃ ଡିସେମ୍ବର ୧୪ ବା ୧୫ ତାରିଖରେ ପଡ଼େ । ଏହି ଦିବସଠାରୁ ପୁରୀ ଶ୍ରୀମନ୍ଦିରରେ ଶ୍ରୀଜଗନ୍ନାଥଙ୍କ ପହିଲି ଭୋଗ ଆରମ୍ଭ ହୋଇ ଉତ୍ତରାୟଣ ସଂକ୍ରାନ୍ତି ବା ମକର ସଂକ୍ରାନ୍ତି (ପ୍ରାୟତଃ ଜାନୁଆରୀ ୧୪ତାରିଖ) ପର୍ଯ୍ୟନ୍ତ ଚାଲିଥାଏ । ପ୍ରଭାତୀ କୀର୍ତ୍ତନ ବନ୍ଦ ରହେ I ପୌଷ ମାସର ପବିତ୍ରତା ଯୋଗୁଁ ପୁଷ୍ୟାଭିଷେକ ଅନୁଷ୍ଠିତ ହୁଏ । ଏହି ସଂକ୍ରାନ୍ତିର ସ୍ୱରୂପ ବର୍ଣ୍ଣନା କରି ପଞ୍ଜିକାକାର କହନ୍ତି ଏ ସଂକ୍ରାନ୍ତିର ନାମ ମହୋଦରୀ । ଏ ମାସର ସଂକ୍ରାନ୍ତି ପୁରୁଷ ପଶୁ ଜାତି, ପୌଢା ବୟସ, ରକ୍ତବସ୍ତ୍ର ପରିଧାନ କରି ଗୋରଚନା ଲେପନ ଓ ବେଲପତ୍ର ଭୂଷିତ ହୋଇ ଦୁର୍ମୁଖାବସ୍ଥାରେ ସୀସା ଆସି, ପୂର୍ବ ଦିଗକୁ ଦୃଷ୍ଟି ଦେଇ ଦକ୍ଷିଣ ଦିଗକୁ ଗମନ କରିବେ । ପୁଷ ମାସରେ ଧାନ ଅମଳ ପରେ 'ଉଖୁଡା'ବା 'ମୁଆଁ'ର ପ୍ରସ୍ତୁତି ଓଡ଼ିଆ ଚଳଣିର ଏକ ବିଶେଷତ୍ଵ । ଧନୁ ସଂକ୍ରାନ୍ତିର ପ୍ରସିଦ୍ଧି ମୁଆଁ ଭୋଗ ପାଇଁ । ଧନୁ ସଂକ୍ରାନ୍ତି ଦିନ ମୁଆଁକୁ ଠାକୁରଙ୍କ ପାଖରେ ଭୋଗ ଲଗାଯାଏ ।
ଜୈନଧର୍ମ ଏକ ପ୍ରାଚୀନ ଧର୍ମ ବୋଲି ଐତିହାସିକମାନେ ମତବ୍ୟକ୍ତ କରନ୍ତି । ସମ୍ଭବତଃ ଜୈନଧର୍ମ ହିଁ ବୈଦିକ କର୍ମକାଣ୍ଡ, ଜୀବହତ୍ୟା, ବ୍ୟୟସାପେକ୍ଷ ଯଜ୍ଞାନୁଷ୍ଠାନ , ଜାତିପ୍ରଥା ଆଦିର ବିରୋଧ କରିଥିଲା । ଅଙ୍ଗସୂତ୍ର,ଉପାଙ୍ଗସୂତ୍ର, କଳ୍ପସୂତ୍ର ପ୍ରଭୃତି ଜୈନମାନଙ୍କର ପ୍ରଧାନ ଧର୍ମଗ୍ରନ୍ଥ । ଖ୍ରୀଷ୍ଟପୂର୍ବ ଷଷ୍ଠ ଶତାବ୍ଦୀରେ ବର୍ଦ୍ଧମାନ ମହାବୀର ଜୈନ ଧର୍ମ ପ୍ରଚାର କରିଥିଲେ ।
ବିଦ୍ୟୁତପ୍ରଭା ଦେବୀଙ୍କୁ, ଓଡ଼ିଆ ଭାଷାର ଶ୍ରେଷ୍ଠ ମହିଳା କବିମାନଙ୍କ ମଧ୍ୟରେ ପରିଗଣନା କରାଯାଏ । ନିଜ କାବ୍ୟ ସଙ୍କଳନ 'ସଞ୍ଚୟନ' ପାଇଁ, ସେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଲାଭ କରିଛନ୍ତି ।ରେଭେନ୍ସା ବାଳିକା ବିଦ୍ୟାଳୟରେ ମାତ୍ର ନବମ ଶ୍ରେଣୀ ଯାଏଁ ପଢିଥିବା ବିଦ୍ଯୁତପ୍ରଭା ଆପେ ଆପେ ଇଂରାଜୀ, ବଙ୍ଗଳା ଭାଷା,ବ୍ୟାକରଣ ତଥା କବିତା ରଚନାର ବିଭିନ୍ନ ବିଭବ ଶିକ୍ଷାକରିଥିଲେ । ନିଜ ପିତାଙ୍କ ବନ୍ଧୁ କୃଷ୍ଣଚନ୍ଦ୍ର କର, ରାଧାମୋହନ ଗଡ଼ନାୟକ ଓ ମାୟାଧର ମାନସିଂହ ଆଦିଙ୍କଦ୍ଵାରା ପ୍ରଭାବିତ ହୋଇ ୧୯୪୦ ମସିହାରୁ କବିତା ଲେଖିବା ଆରମ୍ଭ କରିଥିଲେ । ନିଜ ବଡ଼ ଭଉଣୀ ବାସନ୍ତି ଦେବୀଙ୍କ ସହ ମିଶି ୧୯୪୯ ମସିହାରେ 'ସବିତା' ନାମରେ ନିଜର ପ୍ରଥମ କାବ୍ୟ ସଙ୍କଳନ ପ୍ରକାଶ କରିଥିଲେ । ବିବାହ ପରେ, ତାଙ୍କ ସ୍ଵାମୀ ପଞ୍ଚାନନ ମହାନ୍ତି ତାଙ୍କୁ ଏ ଦିଗରେ ଉତ୍ସାହିତ କରିଥିଲେ ଏବଂ ତାଙ୍କର କବିତା ରଚନା ଅନବରତ ଚାଲିରହିଥିଲା । ୧୯୫୨ ମସିହାରେ ମାତୃତ୍ଵ ଲାଭ କରିବା ପରେ, ବିଦ୍ୟୁତପ୍ରଭା ଶିଶୁମାନଙ୍କ ପାଇଁ ଲେଖିବା ଆରମ୍ଭ କଲେ ଏବଂ ଖୁବ ଲୋକପ୍ରିୟ ହୋଇପାରିଥିଲେ ଓ ବହୁବାର ପୁରସ୍କୃତ ହୋଇଥିଲେ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ଵଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଛତ୍ରପତି ଶିବାଜୀ ରାଜ ଭୋଁସଲେ ପଶ୍ଚିମ ଭାରତର ମରାଠା ରାଜ୍ୟର ସ୍ଥାପକ ଓ ଶାସକ ଥିଲେ । ମହାରାଷ୍ଟ୍ରରାଜ୍ୟର ପୁନେ ଜିଲ୍ଲାର ଶିବନର ଗିରିଦୁର୍ଗରେ ୧୬୨୭ ଖ୍ରୀଷ୍ଟାବ୍ଦରେ (ମତାନ୍ତରେ ୧୬୩୦ରେ) ଶିବାଜୀ ଜନ୍ମଗ୍ରହଣ କରିଥିଲେ । ଶିବାଜୀଙ୍କ ପିତାଙ୍କ ନାମ ସାହାଜୀ ଭୋଁସଲା ଓ ମାତାଙ୍କ ନାମ ଜିଜାବାଈ । ସାହାଜୀ ପ୍ରଥମେ ଆହମ୍ମଦନଗରର ସୁଲତାନଙ୍କ ପାଖରେ ଚାକିରୀ କରି ପୁନା (ପୁଣେ) ଜାୟଗିରି ପାଇଥିଲେ । ଆହମ୍ମଦନଗରର ପତନ ପରେ ସାହାଜୀ ବିଜାପୁର ସୁଲତାନଙ୍କ ପାଖରେ ଚାକିରୀ କଲେ । ସାହାଜୀ ପୁନାରୁ ଦୂରରେ ରହି ଚାକିରୀ କରିବାରୁ ଶିବାଜୀ ପିଲାଦିନରେ ମାତାଙ୍କ ପାଖରେ ରହି ବିଦ୍ୟାଶିକ୍ଷା ଲାଭ କରିଥିଲେ । ନିଜ ଜନ୍ମଭୂମିକୁ ବିଦେଶୀମାନଙ୍କ କବଳରୁ ମୁକ୍ତକରିବା ଓ ହିନ୍ଦୁ ଜାତି ଓ ହିନ୍ଦୁ ଧର୍ମକୁ ରକ୍ଷା କରିବା ପାଇଁ ସେ ସଂକଳ୍ପ କରିଥିଲେ ।
ଟୁଇଟର ( /ˈtwɪtər/) ଏକ ଅନଲାଇନ୍ ସୋସିଆଲ୍ ନେଟୱାର୍କିଙ୍ଗ୍ ସେବା ଯାହା ବ୍ୟବହାରକାରୀଙ୍କୁ ପରଷ୍ପର ସହ ୧୪୦-ଅକ୍ଷର ବିଶିଷ୍ଟ ସନ୍ଦେଶ ପଠାଇବାରେ ସାହାଯ୍ୟ କାରିଥାଏ । ଏହି ସନ୍ଦେଶ ଗୁଡିକୁ "ଟୁଇଟ୍" ବୋଲି କୁହାଯାଏ । ଏଥିରେ ପଞ୍ଜିକୃତ ହୋଇଥିବା ବ୍ୟକ୍ତି ମନେ ଟୁଇଟ୍ କରିପରିବେ ଏବଂ ନୁଆ ଟୁଇଟ୍ ପଢିପରିବେ । ପଞ୍ଜିକୃତ ହୋଇନଥିବା ବ୍ୟକ୍ତି ମନେ କେବଳ ନୁଆ ଟୁଇଟ୍ ପଢିପରିବେ । ଅଜିକାଲି ଲୋକମାନେ ମୋବାଇଲ୍, SMS କିମ୍ବା Web Interface ମଧ୍ୟମରେ ଟୁଇଟ୍ କରିପରୁଛନ୍ତି ଏବଂ ପଢିପରୁଛନ୍ତି । Twitter Inc.
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ବାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ପ୍ରାଣବନ୍ଧୁ କର (୧ ଡିସେମ୍ବର ୧୯୧୪ - ୩୦ ମାର୍ଚ୍ଚ ୧୯୯୮) ଜଣେ ଅଧ୍ୟାପକ, ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ତାଙ୍କ ରଚିତ କେତେକ ଜଣାଶୁଣା ରଚନା ମଧ୍ୟରେ ଅଶାନ୍ତ, ଶ୍ଵେତପଦ୍ମା ଆଦି ନାଟକ, ଦୂରପାହାଡ଼ ଓ ପେଟୁ ଏକାଙ୍କିକା, ଷଣ୍ଢ ଲଢେଇ ଓ ସୁଅ ମୁହଁରେ ପଥର ଆଦି ଗଳ୍ପ ଅନ୍ୟତମ । କର କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ମାଟିର ମଣିଷ, ଫକୀରମୋହନଙ୍କ ମାମୁ, ପ୍ରାୟଶ୍ଚିତ, ଛ ମାଣ ଆଠ ଗୁଣ୍ଠ, ହରେକୃଷ୍ଣ ମହତାବଙ୍କ ଟାଉଟର ଓ ଫତୁରାନନ୍ଦଙ୍କ ନାକଟା ଚିତ୍ରକରର ନାଟ୍ୟରୂପ ଦେଇଥିଲେ । ତାଙ୍କର ଅଶାନ୍ତ ନାଟକ ନିମନ୍ତେ ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର, ସ୍ନାୟୁ ସଂହାର ନାଟକ ନିମନ୍ତେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରରେ ସମ୍ମାନୀତ ।
ପିନାକୀ ମିଶ୍ର (ଜନ୍ମ: ୨୩ ଅକ୍ଟୋବର ୧୯୫୯) ଜଣେ ଭାରତୀୟ ରାଜନେତା । ସେ ଭାରତର ସଂସଦର ସଦସ୍ୟ ଭାବରେ କାର୍ଯ୍ୟ କରିଥିଲେ ଏବଂ ଅଧୁନା ପୁରୀ ଲୋକସଭାରୁ ସଂସଦରେ ପ୍ରତିନିଧିତ୍ୱ କରୁଛନ୍ତି । ୧୯୯୬ ମସିହାରେ ସେ ପୁରୀ ଲୋକସଭା ନିର୍ବାଚନ ମଣ୍ଡଳୀରୁ କଂଗ୍ରେସ ଦଳରୁ ନିର୍ବାଚନ ଲଢ଼ିଥିଲେ ଏବଂ ବ୍ରଜ କିଶୋର ତ୍ରିପାଠୀଙ୍କୁ ହରାଇ ପୁରୀରୁ ସାଂସଦ ହୋଇଥିଲେ ଓ ପରେ ୟୁନିଅନ ମନ୍ତ୍ରୀ ମଧ୍ୟ ହୋଇଥିଲେ । ଏହାପରେ ସେ ୧୫ଶ ଓ ୧୬ଶ ଲୋକ ସଭାରେ ପୁରୀ ଲୋକସଭା ନିର୍ବାଚନ ମଣ୍ଡଳୀରୁ ଜିତିଥିଲେ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ବତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହାଦ୍ବାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ବ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।
ପୁରୁଷୋତ୍ତମ ଦେବ (ଖ୍ରୀ:ଅ: ୧୪୬୮- ଖ୍ରୀ:ଅ: ୧୪୯୭) ଓଡ଼ିଶାର ଗଜପତି ରାଜବଂଶର ଦ୍ଵିତୀୟ ବୃହତ୍ତମ ସମ୍ରାଟ ରୂପେ ଖ୍ୟାତ । କପିଳେନ୍ଦ୍ର ଦେବଙ୍କ ଉପଯୁକ୍ତ ଦାୟାଦ୍ ଭାବେ ସେ ଗଜପତି ରାଜବଂଶ ଓ ସର୍ବୋପରି ଓଡ଼ିଶାର ଉତ୍ତରୋତ୍ତର ଉନ୍ନତି କରିଥିଲେ । ନିଜର ବଳ ବୁଦ୍ଧି ବ୍ୟକ୍ତିତ୍ଵଦ୍ଵାରା ସେ ସୂର୍ଯ୍ୟବଂଶୀ ଗଜପତି ମାନଙ୍କ ମଧ୍ୟାରେ ଜଣେ ଅସାଧାରଣ ଶାସକ ଭାବେ ନିଜକୁ ପ୍ରତିପାଦିତ କରିପାରିଥିଲେ । ସେ ତଥାକଥିତ କାଞ୍ଚି-କାବେରୀ କିମ୍ବଦନ୍ତୀର ମୁଖ୍ୟ ନାୟକ ଥିଲେ । ଦକ୍ଷିଣ ଭାରତରେ ଉତ୍କଳୀୟ ସଂସ୍କୃତି ଓ ସଭ୍ୟତାର ପ୍ରସାର ଦିଗରେ ସେ ଅନେକ ପଦକ୍ଷେପ ନେଇଥିଲେ । ସେ ଜଗନ୍ନାଥ ଚେତନାର ପୃଷ୍ଠପୋଷକ ଥିଲେ । ନିଜର ପ୍ରତିଭାଶାଳୀ ଶାସନଦ୍ଵାରା ସେ ପ୍ରତ୍ୟେକ ଓଡ଼ିଆଙ୍କ ପ୍ରିୟଭାଜନ ହୋଇପାରିଥିଲେ ।
ପଞ୍ଚଲିଙ୍ଗେଶ୍ଵର ଶିବ ମନ୍ଦିର ଓଡ଼ିଶାର ବାଲେଶ୍ଵର ଜିଲାର ନୀଳଗିରି ପାଖରେ ଥିବା ପଞ୍ଚଲିଙ୍ଗେଶ୍ଵରରେ ଅବସ୍ଥିତ । ଏହି ଲିଙ୍ଗଗୁଡ଼ିକର ଦର୍ଶନ କରିବା ପାଇଁ ଜଣକୁ ପାହାଡ଼଼ି ଚଟାଣ ଭିତରେ ବହିଯାଇଥିବା ଝରଣା ପାଣି ଦେଇ ହାତରେ ଛୁଇଁ ଜାଣିବାକୁ ପଡ଼ିବ । ଏଠାରେ ପାହାଡ଼଼ୀ ଝରଣା ଭିତରେ ପାଞ୍ଚୋଟି ଶିବଲିଙ୍ଗ ପୂଜାପାଉଛନ୍ତି ଯାହାଙ୍କ ନାମ ଅନୁସାରେ ଏହି ଜାଗାର ନାମ ପଞ୍ଚଲିଙ୍ଗେଶ୍ଵର ହୋଇଅଛି ।ବାଲେଶ୍ୱର ସମୁଦ୍ର ଉପକୂଳରେ ବଙ୍ଗୋପସାଗରର ବେଳାଭୂମିକୁ ସାମନ୍ତରାଳଭାବରେ କୁପାରୀ ଠାରୁ ନୀଳଗିରି ପର୍ଯ୍ୟନ୍ତ ପୂର୍ବଘାଟ ପର୍ବତମାଳା ଲମ୍ବିଆସିଛି । ୧୦୦୦ ଫୁଟ ଛୋଟ ଛୋଟ ପାହାଡ଼ "ଦେବଗିରି" ପର୍ବତମାଳାର ପଞ୍ଚେଲିଙ୍ଗେଶ୍ୱର ଏକ ଅଂଶ ବିଶେଷ । ଏହି ଶୈବପୀଠର ପାଦଦେଶରେ ଝରଣାଟିଏ ବହିଯାଇଛି । ଏହି ଜଳସ୍ରୋତ ମଧ୍ୟରେ ଅଦୃଶ୍ୟ ପାଞ୍ଚଗୋଟି ଲିଙ୍ଗ ହେଉଛନ୍ତି ପଞ୍ଚେଲିଙ୍ଗେଶ୍ୱର ପୀଠ । ଭକ୍ତମାନେ ଜଳସ୍ରୋତ ମଧ୍ୟରେ ପଞ୍ଚେଲିଙ୍ଗେଶ୍ୱରଙ୍କୁ ଦର୍ଶନ କରି ପୂଜାକରନ୍ତି । ପ୍ରସ୍ତର ଉପରେ ବସି ପୁଜକ ଶିବଲିଙ୍ଗ ପୂଜା କରିଥାନ୍ତି । ରାଜ୍ୟ ପର୍ଯ୍ୟଟନ ତରଫରୁ ଯାତ୍ରୀନିବାସର ଆନୁସାଙ୍ଗିକ ବ୍ୟବସ୍ଥା ମଧ୍ୟ ରହିଛି । ସରସ୍ୱତୀ ପୂଜା ସମୟରେ ପାଞ୍ଚ ଦିନ ବ୍ୟାପୀ ମେଳା ହୁଏ । ବହୁ ଲୋକ ଏଠାକୁ ଆସି ଦେବଦର୍ଶନ କରିଥାନ୍ତି ଓ ମନୋହାରୀ ଜିନିଷ କିଣିଥାନ୍ତି । ଦେବଗିରି ପର୍ବତର ଶିଖର ଦେଶରେ ମଣ୍ଡଳେଶ୍ୱରୀ ଦେବୀସ୍ଥାନ ରହିନ୍ତି । ଏହାଙ୍କୁ ବର୍ଷାଦେବୀ ମଧ୍ୟ କହାଯାଏ । ବର୍ଷା ନହେଲେ ଦେବୀଙ୍କୁ ପୂଜାକଲେ ବର୍ଷା ହୋଇଥାଏ ବୋଲି ଲୋକବିଶ୍ୱାସ ରହିଛି । ଦେବଗିରି ପର୍ବତମାଳା ପରିବେଷ୍ଟିତ ପର୍ବତର ଶୀର୍ଷଦେଶରୁ ମଙ୍ଗଳପୁର ପ୍ରାଚୀନ ପଥ ଓ ଦୁର୍ଗପର୍ଯ୍ୟନ୍ତ ଏକ ସୁଡ଼ଙ୍ଗ ରହିଛି । ଜନଶୃତି ଅଛି ଯେ ପଞ୍ଚଲିଙ୍ଗେଶ୍ୱର ପାହାଡ଼ର ପାଦଦେଶରୁ ଏହି ସୁଡଙ୍ଗ ରହିଛି ।