ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ଗର୍ଭାବସ୍ଥା, (ଅନ୍ୟ ନାମ ପ୍ରେଗନାନ୍ସି ବା ଗ୍ରାଭିଡିଟି ବା ଜେସ୍ଟାସନ, ଇଂରାଜୀରେ ଯଥାକ୍ରମେ Pregnancy or gravidity or gestation) ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଅପତ୍ୟ (offspring) ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ଵିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ଵିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ଵଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
କୁନା ତ୍ରିପାଠୀ, ଜଣେ ଓଡ଼ିଆ କଥାଚିତ୍ର ଏବଂ ଦୂରଦର୍ଶନ ଅଭିନେତା । ସେ ଅଭିନୟ ବ୍ୟତୀତ ନିର୍ବାଚନ ବେଳେ ପ୍ରଚାର ଏବଂ ଦୂରଦର୍ଶନରେ ଉପସ୍ଥାପକ ଭାବରେ କାର୍ଯ୍ୟ କରୁଛନ୍ତି । ଏତଦ ବ୍ୟତୀତ ସେ ହାସ୍ୟାତ୍ମକ କବିତା, ଓଡ଼ିଆ ସାହିତ୍ୟ କବିତା, ଗପ ଆଦି ରଚନା ମଧ୍ୟ କରନ୍ତି । ମାଆ ଗୋଜବାୟାଣୀ ଚଳଚ୍ଚିତ୍ରରୁ ଅଭିନୟ ଆରମ୍ଭ କରିଥିବା କୁନା ଖଳନାୟକ, ସହକାରୀ ଅଭିନେତା, ହାସ୍ୟ ଅଭିନେତା ଭଳି ଭୂମିକାରେ ଅଭିନୟ କରିଛନ୍ତି । କୁନା ତ୍ରିପାଠୀ ଓ ଟିଭିରେ ପ୍ରସାରିତ କାର୍ଯ୍ୟକ୍ରମ ନ୍ୟୁଜ୍ ଫ୍ୟୁଜ୍ରେ ଉପସ୍ଥାପକ ଭାବରେ ୨୦୦୭ରୁ କାର୍ଯ୍ୟ କରିଆସୁଛନ୍ତି ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ଵାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଜନସ୍ଵାର୍ଥ ମାମଲା (PIL) ଭାରତୀୟ ଆଇନ ବ୍ୟବସ୍ଥାରେ ସାର୍ବଜନିକ ହିତ ତଥା ଅଧିକାରର ରକ୍ଷା ନିମିତ୍ତ ମାମଲା ଦାୟର ପାଇଁଁ ଏକ ଆଇନଗତ ପ୍ରାବଧାନ । ଅନ୍ୟସବୁ ଅଦାଲତି ମାମଲା ଭଳି ଏହି ମାମଲାରେ ସର୍ବଦା ପୀଡିତ ପକ୍ଷ ନିଜେ ଅଦାଲତକୁ ଯିବା ଜରୁରୀ ନୁହେଁଁ । ଏହା ଭାରତର ଯେ କୌଣସି ନାଗରିକ ଦ୍ଵାରା ଏବଂ ଆବଶ୍ୟକ ସ୍ଥଳେ ସ୍ଵୟଂ ଅଦାଲତ ଦ୍ଵାରା ଆଗତ କରାଯାଇପାରିବ । ଭାରତରେ ଜନହିତ ମାମଲା ଜରିଆରେ ବହୁ କ୍ଷେତ୍ରରେ ଯେପରିକି ବିଚାରାଧୀନ ବନ୍ଦୀ, ବାଳଶ୍ରମିକ, ପର୍ଯ୍ୟାବରଣ, ଗ୍ରାହକ ସେବା, ଶିକ୍ଷା, ରାଜନୀତି, ନିର୍ବାଚନ, ମାନବାଧୀକାର ଏପରିକି ନ୍ୟାୟପାଳିକାକୁ ମଧ୍ୟ ପ୍ରଭାବିତ କରିପାରିଛି । ଭାରତର ସମ୍ବିଧାନରେ ଏହାର ପରିଭାଷା ଦେଖିବାକୁ ନ ମିଳିଲେ ମଧ୍ୟ ଭାରତର ଉଚ୍ଚତମ ନ୍ୟାୟାଳୟଙ୍କ ସାମ୍ବିଧାନିକ ବ୍ୟାଖ୍ୟାରୁ ଏହାର ବ୍ୟୁତ୍ପତ୍ତି ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ଵଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଦୁର୍ଗା ପୂଜା ହିନ୍ଦୁଧର୍ମାବଲମ୍ବୀମାନଙ୍କର ତଥା ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହି ପର୍ବର ଶେଷ ଦିନଟିକୁ ଦଶହରା ବା ବିଜୟା ଦଶମୀ ନାମରେ ପରିଚିତ । ଦୁର୍ଗା ପୂଜା ଶକ୍ତି ଉପାସନାର ପର୍ବ । ଏହା ବିଭିନ୍ନ କୁଳାଚାର ମତେ ଷୋଳଦିନ, ନଅଦିନ ବା ତିନିଦିନ ଧରି ପାଳିତ ହୁଏ । ମୁଖ୍ୟତଃ ଶରତ ଋତୁର ଆଶ୍ଵିନ ଶୁକ୍ଲପକ୍ଷ ପ୍ରତିପଦ ଠାରୁ ନବମୀ ବିଶେଷଭାବେ ଦେବୀଙ୍କ ପୂଜନର ପ୍ରକୃଷ୍ଟ ସମୟ ହୋଇଥିଲେ ହେଁ ଚୈତ୍ର ଶୁକ୍ଲ ପକ୍ଷରେ ମଧ୍ୟ ଏହା ବାସନ୍ତୀ ନବରାତ୍ର ରୂପେ ପାଳନ କରାଯାଇଥାଏ । ଦେବୀ ପୁରାଣ ଓ କାଳିକା ପୁରାଣରେ ଦୁର୍ଗାପୂଜାକୁ ଶାରଦୀୟ ପାର୍ବଣ କୁହାଯାଉଥିବା ବେଳେ ମାର୍କଣ୍ଡେୟ ପୁରାଣରେ ବାର୍ଷିକୀ ଶାରଦ ପୂଜନ କୁହାଯାଏ । ଦେବୀ ଦୁର୍ଗା ଦୁଃଖନାଶିନୀ।ନବରାତ୍ରୀରେ ଦୁର୍ଗାଙ୍କୁ ଶ୍ରଦ୍ଧାର ସହ ପୂଜା କଲେ ଉପାସକ ନବଶକ୍ତି ପ୍ରାପ୍ତ ହେଇଥାନ୍ତି । ଶାରଦୀୟ ନବରାତ୍ରୀ କାଳରେ ବ୍ରହ୍ମାଣ୍ଡର ସମସ୍ତ ଗ୍ରହ ସକ୍ରିୟ ଥିବାରୁ ଶକ୍ତି ଉପାସକଙ୍କର କୈଣସି ଅନିଷ୍ଟ ହୁଏନାହିଁ । ଦୁର୍ଗାଙ୍କର ଏହି ନବଶକ୍ତି ଜାଗ୍ରତ କରିବା ପାଇଁ ନବାର୍ଣ୍ଣ ବା ନବାକ୍ଷରୀ ମନ୍ତ୍ର ଜପ କରିବା ପାଇଁ ପରାମର୍ଶ ଦିଆଯାଇଛି । ନବର ଅର୍ଥ ନଅ ଓ ଅର୍ଣର ଅର୍ଥ ଅକ୍ଷର । ନବାର୍ଣ୍ଣ ମନ୍ତ୍ରଟି ହେଉଛି - ଐଂ ହ୍ଲୀଂ କ୍ଲୀଂ ଚାମୁଣ୍ଡାୟୈ ବିଚ୍ଚେ।ଏହି ମନ୍ତ୍ରର ପ୍ରତ୍ୟେକ ଅକ୍ଷର ଦୁର୍ଗାଙ୍କ ଗୋଟିଏ ଗୋଟିଏ ଶକ୍ତିର ପରିଚାୟକ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ମିଳିତ ଜାତିସଂଘ ଗୋଟିଏ ଅନ୍ତଃ -ସରକାରୀ ଅନୁଷ୍ଠାନ ଯାହା ଅନ୍ତର୍ଜାତିକ ସହଯୋଗକୁ ବିକଶିତ କରିଥାଏ । ପୂର୍ବରୁ ନିଷ୍କ୍ରିୟ ଥିବା ଥିବା କେତେକ ରାଷ୍ଟ୍ରର ଗୋଷ୍ଠୀକୁ ପରିବର୍ତିତ ରୂପ ଦେଇ ୨୪ ଅକ୍ଟୋବର ୧୯୪୫ରେ ମିଳିତ ଜାତିସଂଘର ସଂସ୍ଥାପନା ହେଇଥିଲା । ଦ୍ଵିତୀୟ ମହାସମର ପରେ ଯେମିତି ସେପରି ନ ହୁଏ ସେତେବେଳେ ୫୧ଟି ସଦସ୍ୟ ରାଷ୍ଟ୍ରକୁ ନେଇ ଗଠନ ହେଇଥିବା ମିଳିତ ଜାତିସଂଘରେ ବର୍ତମାନ ସଦସ୍ୟ ସଂଖ୍ୟା ୧୯୩ । ମିଳିତ ଜାତିସଂଘର ମୁଖ୍ୟ କାର୍ଜ୍ୟାଳୟ ନିଉୟର୍କ ସହରର ମାନହାଟ୍ଟନଠାରେ ଅବସ୍ଥିତ । ଏହା ବ୍ୟତୀତ ଜେନେଭା , ନାଇରୋବି ,ଏବଂ ଭିଏନାରେ ମଧ୍ୟ ମୁଖ୍ୟ କାର୍ଜ୍ୟାଳୟ ସବୁ ରହିଛି ।ଏହି ସଂଗଠନ ସଦସ୍ୟ ରାଷ୍ଟ୍ର ସମୂହଙ୍କ ସ୍ଵେଚ୍ଛାକୃତ ଏବଂ ଆତ୍ମ ନିର୍ଧାରିତ ଅନୁଦାନଦ୍ଵାରା ପରିଚାଳିତ ହୁଏ । ଏହାର ମୂଳ ଲକ୍ଷ୍ୟ ହେଲା ଅନ୍ତର୍ଜାତିକ ଶାନ୍ତି ଓ ସୁରକ୍ଷା ବଜାୟ ରଖିବା , ମାନବିକ ଅଧିକାରର ଅଗ୍ରାଧିକାର , ସାମାଜିକ ଓ ଅର୍ଥନୈତିକ ସନ୍ତୁଳନ ରଖିବା , ପରିବେଶର ସୁରକ୍ଷା କରିବା ଓ ମରୁଡି ବା ପ୍ରକୃତିକ ଦୁର୍ବିପାକ ସମୟରେ ମାନବିକ ସାହାଯ୍ୟ ଯୋଗେଇଦେବା , ଓ ସାମରିକ ଦ୍ଵନ୍ଦର ସମାଧାନ କରିବା ।
କୃଷ୍ଣ ହିନ୍ଦୁ ଦେବତା ଓ ଭଗବାନ ବିଷ୍ଣୁଙ୍କ ଅବତାର। କୃଷ୍ଣ ଅନ୍ୟ ହିନ୍ଦୁ ଦେବାଦେବୀଙ୍କ ଠାରୁ ଅଧିକ ଆଦରଣୀୟ ଏବଂ ଲୋକପ୍ରିୟ ଦେବତା ମଧ୍ୟରେ ଅନ୍ୟତମ। ଅବତାର ଅର୍ଥ ଅବତୀର୍ଣ୍ଣ ହେବା,ଭକ୍ତ ମାନଙ୍କୁ ଦିବ୍ୟାନନ୍ଦ ପ୍ରଦାନ ନିମିତ୍ତ ଓ ଭଗବତ ଧର୍ମ ଠିକ ସ୍ଥାନରେ ଲାଗି ଦେବକୀଙ୍କ ଗର୍ଭରୁ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ। ଶଙ୍ଖ,ଚକ୍ର,ଗଦା,ପଦ୍ମଧାରୀ ସ୍ଵରୂପରେ ମାତାପିତାଙ୍କୁ ଦର୍ଶନ ଦେଇଥିଲେ। ବାଳକ ରୂପରେ ଲୀଳା ଛଳରେ ଦୈତ୍ୟମାନଙ୍କୁ ସ୍ଵଧାମକୁ ପଠେଇ ପୃଥିବୀର ପାପ ଭାର ଲାଘବ କରିଥିଲେ। ବ୍ରହ୍ମା,ଶଙ୍କର ସନକାଦି ମୂନିଋଷିଙ୍କର ପୂଜ୍ୟ ହୋଇମଧ୍ୟ ସାଧାରଣ ବାଳକ ପରି ଲୀଳା କରୁଥିଲେ।
କ୍ଲାଉଡ଼ ଟେକ୍ନୋଲୋଜି ଏକ ଇଣ୍ଟରନେଟଦ୍ଵାରା ପ୍ରଚଳିତ ଟେକ୍ନୋଲୋଜି । ଏହାକୁ ଅନ୍ ଡିମାଣ୍ଡ କମ୍ପ୍ୟୁଟିଙ୍ଗ ମଧ୍ୟ କୁହାଯାଏ । ଏଠାରେ ଡାଟା ଓ ରିସୋରସ୍ ଗୁଡିକ ଏକ ଗ୍ରୁପ୍ ମଧ୍ୟରେ ଯୋଡି ହୋଇଥିବା କମ୍ପୁଟର ସହିତ ବଣ୍ଟନ କରାଯାଇଥାଏ । ଏକ ଗ୍ରୁପ୍ରେ ଯୋଡିହୋଇରହିଥିବା କମ୍ପୁଟର ମାନଙ୍କୁ ଏକ ସମୂହକୁ ଏହି ଡାଟା ଏବଂ ରିସୋରସ୍ ସବୁ ଦେଖିପାରିବେ । କ୍ଲାଉଡ୍ କମ୍ପୁଟିଂଗ୍ ଓ ଷ୍ଟୋରେଜ୍ ସଲୟୁସନ୍ କ୍ଲାଉଡ୍ ଟେକ୍ନୋଲଜି ବ୍ୟବହାରକାରିଙ୍କୁ ଓ ସଂସ୍ଥା ମାନଙ୍କୁ ଷ୍ଟୋରେଜ୍ ପାଇଁ ଜାଗା ପ୍ରଦାନ କରେ ଓ ଥାର୍ଡ ପାର୍ଟି ଡାଟା ସେଣ୍ଟର୍ଦ୍ଵାରା ତାଙ୍କର ଷ୍ଟୋର କରିଥିବା ଡାଟାକୁ ପ୍ରକ୍ରିୟା କରିବାର କ୍ଷମତା ଦିଏ । କ୍ଲାଉଡ୍ ଟେକ୍ନୋଲାଜି ନେଟୱର୍କିଂ ପାଇଁ ଏକ ଆଦର୍ଶ । ଏହା ସର୍ବବ୍ୟପୀ, ସୁବିଧାଜନକ, ଓ ଅନ୍-ଡିମାଣ୍ଡରେ (ଆବଶ୍ୟକତା ଅନୁସାରେ) ଏକ ନେଟୱର୍କ୍-କମ୍ପୁଟର ରିସୋର୍ସକୁ ନିଜର କ୍ଲାଉଡ୍ର ରିସୋର୍ସ୍ ବ୍ୟବହାର କରିବାର ଅନୁମତି ଓ ସୁବିଧା ମଧ୍ୟ ପ୍ରଦାନ କରିଥାଏ । ବଦଳ କରିହେଉଥିବା କମ୍ପ ରେସୋର୍ସ୍ ନେଟ୍ଵର୍କ, ସର୍ଭର, ଷ୍ଟୋରେଜ, ଆପ୍ଲିକେସନ୍ ଓ ସର୍ଭିସ୍ର ଏକ ସମୁହ । ଏହାକୁ ଅତି ଶୀଘ୍ର ଭାବରେ ଅଳ୍ପ ଖର୍ଚରେ ମ୍ୟନେଜ୍ କରିହୁଏ । ପ୍ରସ୍ତାବକ ଏହା ଦାବୀ କରନ୍ତି ଯେ କ୍ଲାଉଡ କମ୍ପ୍ୟୁଟିଙ୍ଗ୍ ବଡ ବଡ ଅନୁଷ୍ଠାନ ମାନଙ୍କୁ ନିଜର ପରିକଳ୍ପନା ଉପରେ ନିଜର ଧ୍ୟାନ କନ୍ଦ୍ରିତ କରି ଇନ୍ଫାଷ୍ଟ୍ରକ୍ଚର ଖର୍ଚ କମ କରିବାରେ ସାହଜ୍ୟ କରିଥାଏ । ଏହି ଅନୁଷ୍ଠାନ ଗୁଡିକ ଏହା ମଧ୍ୟ ଦାବି କରନ୍ତି ଯେ ଉଦ୍ୟୋଗ କର୍ମୀ ମାନଙ୍କ ପାଇଁ ତାଙ୍କର ଆପ୍ଲିକେସନକୁ ଦ୍ରୁତ ଗତିରେ ଚଳାଇବା ପାଇଁ ଓ ଅଧିକ ସୁବିଧାରେ ଓ କମ୍ ଭରଣପୋଷଣ କରି ଚଳାଇରଖିବାକୁ କ୍ଲାଉଡ ଟେକ୍ନୋଲଜି ସୁବିଧା ପ୍ରଦାନ କରେ । ଆଇ.ଟିର ଦ୍ରୁତଗତିରେ ବୃଦ୍ଧି ହେଉଥିବା ବେଳେ ବ୍ୟବସାୟ ଡିମାଣ୍ଡ ଓ ବୃଦ୍ଧି-ହ୍ରାସକୁ ସଠିକ୍ ଭାବରେ ବ୍ୟବସ୍ଥିତ କରିବା ପାଇଁ ମଧ୍ୟ କ୍ଲାଉଡ୍ ଟେକ୍ନୋଲଜି ସହଜୋଗ କରିଥାଏ ।
ଭାରତୀୟ ସମ୍ବିଧାନର ମୁଖବନ୍ଧ ଓ ମୌଳିକ ବୈଶିଷ୍ଟ୍ୟ
ଭାରତୀୟ ସମ୍ବିଧାନର ବୈଶିଷ୍ଟ୍ୟ ବର୍ଣ୍ଣନା କଲାବେଳେ କେତେକ ପ୍ରଧାନ ବ୍ୟବସ୍ଥା ପ୍ରତି ଦୃଷ୍ଟିଦେବାକୁ ହୁଏ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ । ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ହଂସିକା ମୋଟୱାନୀ (ଜନ୍ମ: ୯ ଅଗଷ୍ଟ ୧୯୯୧) ଜଣେ ଭାରତୀୟ କଥାଚିତ୍ର ଅଭିନେତ୍ରୀ । ହଂସିକା ଛୋଟବେଳେ ହିନ୍ଦୀ କଥାଚିତ୍ର ଏବଂ ଧାରାବାହିକରେ ଅଭିନୟ କରିଥିଲେ । ପରେ ସେ ନାୟିକା ଭାବରେ ତେଲୁଗୁ, ତାମିଲ, ହିନ୍ଦୀ, କନ୍ନଡ଼, ମାଲାୟଲମ୍ ଚଳଚ୍ଚିତ୍ରରେ ଅଭିନୟ କରିଥିଲେ । ୨୦୦୭ରେ ହଂସିକା ତେଲୁଗୁ ଚଳଚ୍ଚିତ୍ର ଦେଶ୍ମୁଦୁରୁରେ ନାୟକ ଅଲ୍ଲୁ ଅର୍ଜୁନଙ୍କ ସହ ନାୟିକା ଭାବରେ ଅଭିନୟ ଆରମ୍ଭ କରିଥିଲେ । ଏହି ଚଳଚ୍ଚିତ୍ର ପାଇଁ ସେ ଦକ୍ଷିଣ ଭାରତୀୟ ଫିଲ୍ମଫେୟାରରେ ଶ୍ରେଷ୍ଠ ନବାଗତା ପୁରସ୍କାର ପାଇଥିଲେ । ଏହାପରେ ଉଭୟ ତେଲୁଗୁ ଏବଂ ତାମିଲ କଥାଚିତ୍ର ଜଗତରେ ହଂସିକା କଣ୍ଟ୍ରି, ମସ୍କା, ଓ ମାଇଁ ଫ୍ରେଣ୍ଡ, ସିଙ୍ଘମ୍-୨, ମାପିଲ୍ଲାଇ, ଭେଲ୍ଲାଦ୍ୟୁମ୍, ଓରୁ କାଲ ଓରୁ କନ୍ନାଡ଼ି ଭଳି ଅନେକ ସଫଳ ଚଳଚ୍ଚିତ୍ରରେ ଅଭିନୟ କରିଥିଲେ ।
ଅଧକପାଳି (ଇଂରାଜୀ: migraine; ମିଗ୍ରେନ /ମାଇଗ୍ରେନ) ଏକ ପ୍ରାଥମିକ ମୁଣ୍ଡବଥା ବେମାରୀ ଯେଉଁଥିରେ ବାରମ୍ବାର ମଧ୍ୟମ ବା ତୀବ୍ର ମୁଣ୍ଡବଥା ହୁଏ ଓ ତାହା ସହିତ ଅଟୋନୋମିକ ନର୍ଭସ ସିଷ୍ଟମ ଲକ୍ଷଣ ପ୍ରକାଶ ପାଇଥାଏ । ଏହି ମିଗ୍ରେନ/ମାଇଗ୍ରେନ (migraine) ଶବ୍ଦ ଏକ ଗ୍ରୀକ ଶବ୍ଦରୁ (Greek ଶବ୍ଦ ἡμικρανία (hemikrania)ର ଅର୍ଥ "ମୁଣ୍ଡର ଗୋଟିଏ ପାଖରେ ଯନ୍ତ୍ରଣା"; ἡμι- (hemi-), "ଅଧା", ଓ κρανίον (kranion), "ଖପୁରି" ନିଆହୋଇଛି । ମୁଣ୍ଡର ଗୋଟିଏ ପାଖରେ ମୁଣ୍ଡବଥା ଧକ୍ ଧକ୍ ହୋଇ ହୁଏ ଓ ପ୍ରାୟ ୭୨ଘଣ୍ଟା ପର୍ଯ୍ୟନ୍ତ ରହେ । ଏହା ସହ ଓକାଳ, ବାନ୍ତି ତଥା ଆଲୋକ, ଶବ୍ଦ କିମ୍ଵା ଘ୍ରାଣ ଶକ୍ତି ଅଧିକ ସମ୍ବେଦୀ ହୁଏ ଓ ଶାରୀରିକ କର୍ମ କଲେ ଅଧିକ କଷ୍ଟ ହୁଏ । ଶାରୀରିକ ପରିଶ୍ରମ କଲେ ଏହି ରୋଗ ବଢ଼ିଯାଏ । ଏକ ତୃତୀୟାଂଶ ଲୋକଙ୍କର ଅରା ବା ଦୃଷ୍ଟି ସମସ୍ୟା ହୁଏ ଯାହାଦ୍ୱାରା ଆଗକୁ ଅଧକପାଳି ଆସିବା ସଙ୍କେତ ଦିଏ । ଅରାରେ ଦୃଷ୍ଟି ଭିତ୍ତିକ, ସେନ୍ସରୀ, ମୋଟର ବା ଭାଷା (Language) ଗୋଳମାଳ ହୁଏ । ଅରା ପରେ କ୍ଵଚିତ ମୁଣ୍ଡବଥା ହୁଏ ନାହିଁ । ପରିସ୍ଥିତି ଓ ଜେନେଟିକର ମିଶ୍ରିତ ପ୍ରଭାବ ଯୋଗୁ ଅଧକପାଳି ହେବା ବିଶ୍ଵାସ କରାଯାଏ । ଦୁଇ ତୃତୀୟାଂଶ ରୋଗୀଙ୍କର ବଂଶରେ ଏହି ରୋଗ ଥାଏ । ହରମୋନ ସ୍ତରର ପରିବର୍ତ୍ତନ ଯୋଗୁ ଏହା ହୋଇପାରେ ଯେହେତୁ ପୂର୍ଣ୍ଣାବୟବ ହେବା ପୂର୍ବରୁ ପୁଅମାନଙ୍କର କିନ୍ତୁ ପରେ ପୁରୁଷଙ୍କ ଅପେକ୍ଷା ମହିଳା ସଂଖ୍ୟା ୩ ଗୁଣ ହୁଏ । ଗର୍ଭାବସ୍ଥାରେ ଅଧକପାଳି କମିଯାଏ । ଗର୍ଭାବସ୍ଥାରେ ଏହି ସଙ୍କଟ କମିଯାଏ । ଏହି ରୋଗ କେଉଁ ଉପାୟରେ ହୁଏ ତାହା ଜଣାନାହିଁ । ତେବେ ଏହା ଏକ ସ୍ନାୟୁ-ରକ୍ତନଳୀ ସମ୍ବନ୍ଧୀୟ ରୋଗ । ପ୍ରାଥମିକ ଥିଓରି ଅନୁସାରେ ସେରେବ୍ରାଲ କର୍ଟେକ୍ସ ଅତ୍ୟଧିକ ଉତ୍ତେଜିତ ହୋଇ ବ୍ରେନଷ୍ଟେମର ଟ୍ରାଇଜେମିନାଲ ନ୍ୟୁକ୍ଳିଅସରେ ଥିବା ସ୍ନାୟୁ ଉପରେ ଅସାଧାରଣ ପ୍ରତିକ୍ରିୟା କରାଏ । ସର୍ବ ପ୍ରଥମେ ମୁଣ୍ଡବଥା ନିମନ୍ତେ ଆଇବୁପ୍ରୋଫେନ ଓ ପାରାସେଟାମୋଲ ଭଳି ସାଧାରଣ ପିଡ଼ାନାଶକ ଔଷଧ ଦିଆଯାଏ, ବାନ୍ତି ନ ହେବା ଔଷଧ ଦେଲେ ଓକାଳ କମ ହୁଏ ଓ ଟ୍ରିଗର ନ ଗେବା ଚେଷ୍ଟା କରାଯାଏ । ସାଧାରଣ ପିଡ଼ାନାଶକ ଦେଇ ଭଲ ନ ହେଲେ ଟ୍ରିପ୍ଟାନ କିମ୍ବା ଏରଗୋଟାମିନ ବା ଦିଆଯାଇପାରେ । ଜଣ ସଂଖ୍ୟାର ୧୫ % ଲୋକ ଜୀବନରେ କେବେ ନା କେବେ ଏହି ରୋଗ ଭୋଗ କରନ୍ତି । ଏହା ସହିତ କେଫିନ୍ ଯୋଗ କରିଦିଆଯାଇ ପାରେ । ଏହାର ପ୍ରତିଷେଧ ନିମନ୍ତେ ଅନେକ ଔଷଧ ମିଳୁଛି ଯଥା:- ମେଟୋପ୍ରୋଲୋଲ, ଭାଲପ୍ରୋଏଟ ଓ ଟୋପିରାମେଟ । ସାରା ପୃଥିବୀର ଜନସଂଖ୍ୟାର ପ୍ରାୟ ୧୫% ଲୋକଙ୍କୁ ଅଧକପାଳି ରୋଗ ହୁଏ । ଏହି ରୋଗ ଅଧିକାଂଶ କେଶ୍ରେ ଯୁବକ୍ରାନ୍ତି ବା ପ୍ୟୁବର୍ଟି ବେଳେ ହୁଏ । କେତେକ ମହିଳାଙ୍କର ଋତୁବନ୍ଦ ସମୟଠାରୁ ରୋଗ କମିଯାଏ । ପୁରାତନ ମିଶରରେ ଖ୍ରୀ:ପୂ: ୧୫୦୦ରେ ଏବର୍ସ ପାପିରସ୍ରେ କେତେକ ବେମାରୀ ବର୍ଣ୍ଣନା ଏହି ରୋଗ ସାଥୀରେ ମେଳ ଖାଉଛି । ମିଗ୍ରେନ ଶବ୍ଦଟି ଗ୍ରୀକ ଶବ୍ଦ ἡμικρανία (hemikrania)ରୁ ନିଆଯାଇଛି ଯାହାର ଅର୍ଥ , "ମୁଣ୍ଡର ଗୋଟିଏ ପଟରେ ଯନ୍ତ୍ରଣା", ଓ ἡμι- (hemi-)ର ଅର୍ଥ "ଅଧା" ଓ κρανίον (kranion)ର ଅର୍ଥ "ଖପୁରି".
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ । ତଥ୍ୟ ପୃଷ୍ଠାରେ ଯୋଡାଯାଇଥିବା ହାଇପରଲିଙ୍କ ଗୁଡିକ ବ୍ୟବହାରକାରୀକୁ ସହଜରେ ଅନ୍ୟ ଏକ ଇଣ୍ଟର୍ନେଟ ପୃଷ୍ଠାକୁ ଯିବାରେ ସାହାଯ୍ୟ କରିଥାଏ । ବର୍ତ୍ତମାନ ବିଶ୍ଵରେ କେତେକ ଲୋକପ୍ରିୟ ବ୍ରାଉଜର ହେଉଛନ୍ତି ଫାୟାର ଫକ୍ସ , ଗୁଗୁଲ , ଅପେରା , ସଫାରି ଇତ୍ୟାଦି ।
ବଳଦେବ ରଥ (୧୭୮୯ - ୧୮୪୫) ଗଞ୍ଜାମ ଜିଲ୍ଲାର ଜଣେ ଓଡ଼ିଆ ରୀତି ଯୁଗର କବି । ସେ କବିସୂର୍ଯ୍ୟ ଭାବେ ପରିଚିତ । ଏକାଧାରରେ ଜଣେ କବି ଓ ସଙ୍ଗୀତକାର ଭାବରେ କବିତା, ଚମ୍ପୂ ଆଦିର ରଚନା କରି ସ୍ଵରସଂଯୋଜନା କରିଥିଲେ । ଗଞ୍ଜାମ ଜିଲ୍ଲାର ଢୁମ୍ପା ସଙ୍ଗୀତକୁ କବିସୂର୍ଯ୍ୟ ଆରମ୍ଭ କରିଥିଲେ ଓ ଗୀତ ରଚନା କରିଥିଲେ । ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଆର୍ଯ୍ୟାବର୍ତ୍ତ ଭାରତ ବର୍ଷର ପ୍ରତ୍ୟେକ ଭାରତୀୟ ଚତୁର୍ଦ୍ଧାମ ରାମେଶ୍ଵର, ପୁରୀ, ବଦ୍ରୀନାଥ ଓ ଦ୍ଵାରକା ଦର୍ଶନର କାମନା କରିଥାନ୍ତି । ଚାରୋଟି ସ୍ଥାନ – ଚାରିଧାମ ପରମ ପବିତ୍ର । ଏଥିମଧ୍ୟରୁ ତିନୋଟି ଧାମ ପୁରୀ, ରାମେଶ୍ଵର ଏବଂ ଦ୍ଵାରକା ସାଗର କୂଳରେ ଓ ବଦ୍ରୀନାଥ ଧାମ ହିମାଳୟ ପର୍ବତରେ ଅବସ୍ଥିତ । କଥିତ ଅଛି ଯେ ମନୁଷ୍ୟ ପରି ଭଗବାନ ମଧ୍ୟ ରାମେଶ୍ଵରରେ ସ୍ନାନ କରି ଆଭୂଷଣ ବିମଣ୍ଡିତ ହୁଅନ୍ତି ଦ୍ଵାରକାରେ, ଶ୍ରୀକ୍ଷେତ୍ରରେ ଷାଠିଏ ପଉଟି ଭୋଜନ କରି ବଦ୍ରିକାର ନିଶ୍ଚଳ ଅଞ୍ଚଳରେ ସୁଖ ନିଦ୍ରା ଯାଇଥାନ୍ତି । କାର୍ତ୍ତିକ ଠାରୁ ବୈଶାଖ ଅକ୍ଷୟ ତୃତୀୟା ପର୍ଯ୍ୟନ୍ତ ଛଅମାସ କାଳ ବଦ୍ରୀନାଥ ମନ୍ଦିର ଦ୍ଵାର ବନ୍ଦ ରହେ ।
କୁମାର ପୂର୍ଣ୍ଣିମା ଓଡ଼ିଶାର ଏକ ବିଶେଷ ପର୍ବ । ଏହା କୁମାରୋତ୍ସବ ବା କୋଜାଗର ପୂର୍ଣ୍ଣିମା ନାମରେ ମଧ୍ୟ ଜଣାଶୁଣା । ଆଶ୍ୱିନ ମାସ ପୂର୍ଣ୍ଣିମା ତିଥିରେ ଏହି ପର୍ବଟି ପାଳିତ ହୁଏ । ଏହି ପୂର୍ଣ୍ଣିମା ଶରତ ଋତୁରେ ପଡ଼ୁଥିବାରୁ କେତେକ ସ୍ଥାନରେ ଏହାକୁ ଶରତ ପୂର୍ଣ୍ଣିମା ମଧ୍ୟ କୁହାଯାଏ । ଏହିଦିନ ଜଗନ୍ମାତା ମା’ ଲକ୍ଷ୍ମୀ ଦେବୀଙ୍କର ଆରାଧନା କରାଯାଉଥିବାରୁ ଏହାକୁ ଗଜଲକ୍ଷ୍ମୀ ପୂଜା ବା କୋଜାଗାର ଲକ୍ଷ୍ମୀ ପୂଜା ମଧ୍ୟ କୁହାଯାଏ । ଏହି ଦିନ ଓଡ଼ିଶାବାସୀ ତୁଳସୀ ଚଉରା, ଗଜଲକ୍ଷ୍ମୀ, ଚନ୍ଦ୍ର, ସୂର୍ଯ୍ୟ ଓ କାର୍ତ୍ତିକଙ୍କର ପୂଜା ଆରାଧନା କରି ନିଜର ସୁଖ, ସୌଭାଗ୍ୟ, ଯଶ, ଧନ ଓ ପୌରୁଷ କାମନା କରିଥାନ୍ତି । ଓଡ଼ିଶାରେ ଏହି ପର୍ବ ସାଧାରଣତଃ କୁମାରୀ କନ୍ୟାମାନେ କାର୍ତ୍ତିକେୟଙ୍କ ଭଳି ସୁନ୍ଦର ଜୀବନସାଥୀ ପାଇବା ପାଇଁ କରିଥାନ୍ତି । ତେବେ ମହାରାଷ୍ଟ୍ର, ପଶ୍ଚିମ ବଙ୍ଗ, ଗୁଜରାଟ ଭଳି ଭାରତର ଅନ୍ୟାନ୍ୟ ରାଜ୍ୟରେ ସ୍ତ୍ରୀ ପୁରୁଷ ନିର୍ବିଶେଷରେ ସମସ୍ତେ ଏହି ପର୍ବକୁ ପାଳନ କରିଥାନ୍ତି । ଏହି ଦିନ ଚନ୍ଦ୍ର ପୃଥିବୀର ନିକଟତମ ସ୍ଥିତିରେ ଥାଏ ଏବଂ ଚନ୍ଦ୍ର କିରଣ ମଣିଷର ସ୍ୱାସ୍ଥ୍ୟ ଓ ଚିନ୍ତାଧାରା ଉପରେ ସକରାତ୍ମକ ପ୍ରଭାବ ପକାଇଥାଏ ବୋଲି ବିଶ୍ୱାସ ରହିଛି । ତେଣୁ ଏହି ଦିନଟିକୁ ଭାରତର ବିଭିନ୍ନ ପ୍ରାନ୍ତରେ ଖୁବ୍ ଆଡ଼ମ୍ବର ସହକାରେ ପାଳନ କରାଯାଇଥାଏ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଭରତନାଟ୍ୟମ ଅନ୍ୟନାମ ସାଦିର, ତାମିଲନାଡୁରେ ଉତ୍ପନ୍ନ ଭାରତୀୟ ଶାସ୍ତ୍ରୀୟ ନୃତ୍ୟର ଏକ ପ୍ରମୁଖ ଶୈଳୀ ଅଟେ । ପରମ୍ପରାଗତ ରୂପେ ଭରତନାଟ୍ୟମ ନୃତ୍ୟ ବିଶେଷତଃ ମହିଳା ମାନଙ୍କଦ୍ୱାରା କରାଯାଇଥାଏ । ଏବଂ ହିନ୍ଦୁ ଧର୍ମକୁ ଧାର୍ମିକ ବିଷୟ ଏବଂ ଆଧ୍ୟାତ୍ମିକ ବିଚାରକୁ ବିଶେଷ ରୂପେ ଶୈବ ବାଦ, ବୈଷ୍ଣବ ବାଦ ଏବଂ ଶକ୍ତି ବାଦରେ ବ୍ୟକ୍ତ କରାଯାଇଥିଲାଭରତନାଟ୍ୟମର ସିଦ୍ଧାନ୍ତର ମୂଳ ପ୍ରାଚୀନ ସଂସ୍କୃତ ପାଠକ "ଭରତ ମୁନୀ", "ନାଟ୍ୟଶାସ୍ତ୍ର"ର ଅନୁସନ୍ଧାନ କରିଥାଏ ଦ୍ଵିତୀୟ ଶତାବ୍ଦୀ ସୀଈଦ୍ୱାରା ଏହାର ଅସ୍ତିତ୍ବ ପ୍ରାଚୀନ ତାମିଲ ମହାକାବ୍ୟ "ସିଲପ୍ପଟିକାରମ"ରେ ବର୍ଣ୍ଣିତ ହୋଇଛି, ଏମିତି କି 6 ବିଂରୁ 9 ବିଂ ଶତାବ୍ଦୀର ମନ୍ଦିର ମୂର୍ତ୍ତି ଗୁଡିକ ଏହା ସୂଚିତ କରାଏ କି, ଏହା ମଧ୍ୟ ଏକ ସହସ୍ତ୍ରାବ୍ଦୀ ସୀଈଦ୍ୱାରା ଭଲରୂପେ ପରିସ୍କୃତ ପ୍ରଦର୍ଶନ କଳା ଥିଲା । ଭରତନାଟ୍ୟମ ଭାରତର ସବୁଠାରୁ ପୁରୁଣା ଶାସ୍ତ୍ରୀୟ ନୃତ୍ୟ ପରମ୍ପରା ଅଟେ ।