ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଶା ପର୍ବପର୍ବାଣୀର ରାଜ୍ୟ । ଏଠି ବାରମାସରେ ତେରପର୍ବ ପାଳନ କରାଯାଏ । ପ୍ରତ୍ୟେକ ପର୍ବପର୍ବାଣୀର ଏକ ନିଜସ୍ୱ ସ୍ୱତନ୍ତ୍ରତା ରହିଛି । ଉତ୍କଳୀୟ ପର୍ବପର୍ବାଣୀ ସାଧାରଣତଃ ଧର୍ମ ଓ ପୌରାଣିକ ଉପାଖ୍ୟାନର ଭିତ୍ତି ଉପରେ ପ୍ରତିଷ୍ଠିତ । ଓଡ଼ିଶା ମାଟିରେ ଅଗଣିତ ଦେବୀ ଦେବତାଙ୍କର ଉପାସନା ହୋଇଥାଏ । ପ୍ରତ୍ୟେକ ପଲ୍ଲୀଗ୍ରାମରେ ନିଜର ଗ୍ରାମଦେବତା ବା ଗ୍ରାମଦେବତୀ ରହିଥାନ୍ତି। ଆଉ ଏଇ ଗ୍ରାମଦେବତା ବା ଦେବତୀ ମାଟିର ମଣିଷ ପରି ସାଧାସିଧା, ସରଗର ପରୀ କି ଯକ୍ଷ କିନ୍ନରଙ୍କ ପରି ଅଦ୍ଭୁତ ଆକାର ବା ବେଶଭୂଷାଧାରୀ ହୋଇ ନ ଥାନ୍ତି । ଆଉ ସମସ୍ତଙ୍କର ଥାଏ ଏକ ନିଆରା କିମ୍ବଦନ୍ତୀ, ଏକ ଅଲଗା ଇତିହାସ, ଭିନ୍ନ ଏକ ପରମ୍ପରା, ଏକ ପରବ, ଏକ ମଉଛବ । ପର୍ବପର୍ବାଣୀ ଗୁଡ଼ିକରେ ଜନଜୀବନର ସଂସ୍କୃତି, ଜାତୀୟତା ବୋଧ ଓ ଧର୍ମଧାରଣା ଆଦି ସଂଶ୍ଳିଷ୍ଠ । ଉତ୍କଳୀୟ ପର୍ବପର୍ବାଣୀ ମହାଭାରତୀୟ ସ୍ରୋତରୁ ଭିନ୍ନ ନୁହେଁ ବିଶେଷତଃ ପର୍ବପର୍ବାଣୀ, ଓଷାବ୍ରତ ଓ ଯାନିଯାତ୍ରା ଗୁଡ଼ିକ ତିଥି, ବାର, ନକ୍ଷତ୍ର, କୃଷିକର୍ମ, ଦେବଦେବୀ, ଶାସ୍ତ୍ରୀୟ କାହାଣୀ, ଲୋକକଥା, ଆନନ୍ଦମହୋତ୍ସବ ପାଇଁ ପାଳିତ ହୋଇଥାଏ ଉତ୍କଳୀୟ ପର୍ବପର୍ବାଣୀ ଗୁଡ଼ିକୁ ଚାରୋଟି ମୁଖ୍ୟ ଭାଗରେ ବିଭକ୍ତ କରାଯାଇପରେ ଯଥା । ଶାସ୍ତ୍ରୀୟ, ଲୌକିକ, ଆଞ୍ଚଳିକ ଓ କୃଷି ଭିତ୍ତିକ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
୧୯୪୫ ନଭେମ୍ବର ୧୬ରେ ଜାତିସଂଘ ଶିକ୍ଷା, ବିଜ୍ଞାନ ଓ ସାଂସ୍କୃତିକ ସଙ୍ଗଠନ ୟୁନେସ୍କୋ ପ୍ରତିଷ୍ଠା କରାଯାଇଥିଲା । ଶିକ୍ଷା, ବିଜ୍ଞାନ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ମାଧ୍ୟମରେ ବିଶ୍ଵରେ ଶାନ୍ତି ଓ ନିରାପତ୍ତା ବଜାୟ ରଖିବା ଏବଂ ବିଭିନ୍ନ ଦେଶ ସହ ସୁସମ୍ପର୍କ ପ୍ରତିଷ୍ଠା କରିବା ଥିଲା ଏହି ସଙ୍ଗଠନର ମୂଖ୍ୟ ଉଦ୍ଦେଶ୍ୟ । ତା'ଛଡା ସାମାଜିକ ନ୍ୟାୟ, ମାନବିକ ଅଧିକାର, ସୁରକ୍ଷା ଓ ମୌଳିକ ଅଧିକାର ପାଇଁ ମଧ୍ୟ ସଙ୍ଗଠନ କାର୍ଯ୍ୟ କରୁଛି । ବର୍ତ୍ତମାନ ଏହାର ସଦସ୍ୟ ସଂଖ୍ୟ ହେଉଛି ୧୯୫ । ପ୍ରତ୍ୟେକ ଦେଶରେ ଏହାର ଜାତୀୟ ଓ ଆଞ୍ଚଳିକ କାର୍ଯ୍ୟାଳୟ ମଧ୍ୟ ପ୍ରତିଷ୍ଠା କରାଯାଇଛି । ତା'ଛଡା ସାକ୍ଷାରତା ପ୍ରଯୁକ୍ତିବିଦ୍ୟା,ଶିକ୍ଷକ ତାଲିମ କାର୍ଯ୍ୟକ୍ରମ, ଆନ୍ତର୍ଜାତୀୟ ବିଜ୍ଞାନ କାର୍ଯ୍ୟକ୍ରମ ,ଗଣମାଧ୍ୟମର ସ୍ଵାଧୀନତା ଓ ସାଂସ୍କୃତିକ ବିବିଧତାର ବିକାଶ , ସାହିତ୍ୟ କୃତିର ଅନୁବାଦ ଏବଂ ବିଶ୍ଵ ଓ ସାଂସ୍କୃତିକ କେନ୍ଦ୍ର ତଥା ଐତିହ୍ୟ ସ୍ଥଳୀର ସୁରକ୍ଷା ପାଇଁ ଏହା କାର୍ଯ୍ୟ କରି ଆସୁଛି ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖା ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣା, ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ଦର୍ଶନରେ ଭରା ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଗର୍ଭାବସ୍ଥା, (ଅନ୍ୟ ନାମ ପ୍ରେଗନାନ୍ସି ବା ଗ୍ରାଭିଡିଟି ବା ଜେସ୍ଟାସନ, ଇଂରାଜୀରେ ଯଥାକ୍ରମେ Pregnancy or gravidity or gestation) ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଅପତ୍ୟ (offspring) ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ମା ବିମଳା ଶ୍ରୀମନ୍ଦିର ମଧ୍ୟରେ ଥିବା ଏକ ଶାକ୍ତ ବା କୌଳଭୈରବୀଙ୍କ ମନ୍ଦିର । ମୂଳାଷ୍ଟମୀ ଅବସରରେ ଶ୍ରୀମନ୍ଦିରର ଅଧିଷ୍ଠାତ୍ରୀ ଦେବୀ ମା’ବିମଳାଙ୍କ ଷୋଡ଼ଶ ଦିନାତ୍ମକ ଶାରଦୀୟ ପୂଜା ପାରମ୍ପରିକ ରୀତିମତେ ଆରମ୍ଭ ହୋଇଥାଏ ଓ ଆଶ୍ଵିନ ଶୁକ୍ଳନବମୀ ପର୍ଯ୍ୟନ୍ତ ଚାଲେ । ଏହି ସମୟରେ ମହାସପ୍ତମୀ, ମହାଷ୍ଟମୀ, ମହାନବମୀ ଦିନ ଅର୍ଦ୍ଧରାତ୍ରି ସମୟରେ ଯେତେବେଳେ ମହାନିଶା ସମୟ ଆସିଥାଏ,ତିନି ଦିନ ସେହି ସମୟରେ ପଶୁପ୍ରୋକ୍ଷଣ ବା ବଳିଦାନ ଅନୁଷ୍ଠିତ ହୋଇଥାଏ । ଶ୍ରୀମନ୍ଦିର ସତ୍ତ୍ଵଲିପି ଅନୁସାରେ ବିମଳାଙ୍କ ଷୋଳଦିନ ପୂଜା ଭିତରେ କୌଣସି ସ୍ତ୍ରୀଲୋକ ମନ୍ଦିର ଭିତରକୁ ଯାଆନ୍ତି ନାହିଁ ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
କାର୍ତ୍ତିକ ପୂର୍ଣ୍ଣମା, ରାସ ବା ରାସ ପୂର୍ଣ୍ଣିମା ନାମରେ ମଧ୍ୟ ପରିଚିତ । ଓଡ଼ିଶାର ଆଚାର ବିଚାର, ଚାଲିଚଳଣି ତଥା ଧର୍ମୀୟ ଭାବନା ସହିତ ଏହି ପର୍ବ ଓତପ୍ରୋତ ଭାବେ ଜଡ଼ିତ । ଗୌରବମୟ ଉତ୍କଳର ପ୍ରାଚୀନ ଇତିହାସ ସହିତ ଏହା ଏତେ ନିବିଡ଼ ଭାବରେ ସଂପୃକ୍ତ ଯେ ଏହି ଦିବସର ଗୁରୁତ୍ଵକୁ ବାଦ ଦେଲେ ଖ୍ରୀଷ୍ଟପୂର୍ବୀୟ କାଳରେ ଓଡ଼ିଶାରେ ନୌବାଣିଜ୍ୟ ସମ୍ପର୍କରେ ଚିନ୍ତା ବି କରାଯାଇ ପାରେ ନାହିଁ । ଅତଏବ ଧର୍ମଗତ ତଥା ଐତିହାସିକ ଉଭୟ ଦୃଷ୍ଟିକୋଣରୁ ଏହାର ମୂଲ୍ୟବୋଧ ଅତୀବ ବୈଶିଷ୍ଟ୍ୟ ପରିପୂର୍ଣ୍ଣ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ବ୍ରତ ଶବ୍ଦ ସଂସ୍କୃତ ‘ବୃ’ ଧାତୁରୁ ନିଷ୍ପନ୍ନ । ଏହାର ଅର୍ଥ ବରଣ କରିବା, ପ୍ରାର୍ଥନା କରିବା । ସ୍ୱର୍ଗ ସୁଖ, ଧନାଦି କାମନାରେ ନିୟମିତ ବା ସଂପଳ୍ପିତ ଧର୍ମାନୁଷ୍ଠାନ ବା ଉପବାସାଦିକୁ ବ୍ରତ ବୋଲି ଅଭିଧାନମାନଙ୍କରେ ଉଲ୍ଲେଖ କରାଯାଇଛି । କାମନା ପୂରଣ ଉଦ୍ଦେଶ୍ୟରେ ଆଚରଣ ଏବଂ ଖାଦ୍ୟପେୟରେ ଶୁଦ୍ଧ ଏବଂ ସଂଯତ ରହି ନିର୍ଦ୍ଦିଷ୍ଟ ତିଥି, ବାର, ଯୋଗ, ସପ୍ତାହ, ମାସ ବା ସମୟରେ କୌଣସି ଦେବୀଙ୍କର ସନ୍ତୋଷ ବିଧାନ ବା ଆନୁକୂଲ୍ୟ ଲାଭ ପାଇଁ ସଂକଳ୍ପବଦ୍ଧ ହୋଇ ନିର୍ଦ୍ଧାରିତ ନିୟମ ଅନୁସାରେ ସମ୍ପାଦିତ ଏକ ପ୍ରକାରର ଧର୍ମକୃତ୍ୟକୁ ବ୍ରତ କୁହାଯାଏ । ବ୍ରତ ପାଳନରେ ନିରାହାର ରହିବା ଅପରିହାର୍ଯ୍ୟ ନୁହେଁ । କେତେକ ବ୍ରତରେ ଲଘୁ ଓ ଯଜ୍ଞ ଉପଯୋଗୀ ଖାଦ୍ୟ ଗ୍ରହଣର ବିଧି ଉଲ୍ଲେଖ ଅଛି । ବ୍ରତ ଗୁଡ଼ିକ ସାଧାରଣତଃ ସ୍ମୃତି ବା ଧର୍ମଶାସ୍ତ୍ର ଅନୁମୋଦିତ ପ୍ରଣାଳୀରେ ପାଳିତ ହୁଏ । ଏଥିରେ ସଂକଳ୍ପ, ଇଷ୍ଟପୂଜା ଓ କଥା ଶ୍ରବଣ ଅନିବାର୍ଯ୍ୟ ଅଙ୍ଗ ଭାବରେ ଥାଏ । ଏହା ପୁରୁଷ ଓ ସ୍ତ୍ରୀ ଉଭୟ ପାଳନ କରିପାରିବେ ।
ବଳଦେବ ରଥ (୧୭୮୯ - ୧୮୪୫) ଗଞ୍ଜାମ ଜିଲ୍ଲାର ଜଣେ ଓଡ଼ିଆ ରୀତି ଯୁଗର କବି । ସେ କବିସୂର୍ଯ୍ୟ ଭାବେ ପରିଚିତ । ଏକାଧାରରେ ଜଣେ କବି ଓ ସଙ୍ଗୀତକାର ଭାବରେ କବିତା, ଚମ୍ପୂ ଆଦିର ରଚନା କରି ସ୍ଵରସଂଯୋଜନା କରିଥିଲେ । ଗଞ୍ଜାମ ଜିଲ୍ଲାର ଢୁମ୍ପା ସଙ୍ଗୀତକୁ କବିସୂର୍ଯ୍ୟ ଆରମ୍ଭ କରିଥିଲେ ଓ ଗୀତ ରଚନା କରିଥିଲେ । ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ଵଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ରାମଚନ୍ଦ୍ର ପଣ୍ଡୁରଙ୍ଗ ତୋପେ ( ୧୮୧୪-୧୮୫୯) , ୧୯୫୭ ଭାରତୀୟ ବିଦ୍ରୋହର ଜଣେ ଅଗ୍ରଗାମୀ ନେତା ଥିଲେ । 'ତାତ୍ୟା ତୋପେ' ନାମରେ ପରିଚିତ ହେଇଥିବା ତୋପେ ଜଣେ ଧୁରନ୍ଧର ସେନାପତି ଓ ଦେଶ ଭକ୍ତ ଭାବରେ ବ୍ରିଟିଶ ରାଜୁତି ବିରୁଦ୍ଧରେ ଯୁଦ୍ଧରେ ଅବତରଣ ହେଇ ବହୁତ ସାହସିକତାର ପରିଚୟ ଦେଇଥିଲେ । ସ୍ଵାଧୀନତା ସଂଗ୍ରାମର ସେ ଜଣେ ଆଦ୍ୟ ସଂଗ୍ରାମୀ ଭାବରେ ଇତିହାସରେ ସ୍ଥାନିତ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ଵାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ମିଳିତ ଜାତିସଂଘ ଗୋଟିଏ ଅନ୍ତଃ -ସରକାରୀ ଅନୁଷ୍ଠାନ ଯାହା ଅନ୍ତର୍ଜାତିକ ସହଯୋଗକୁ ବିକଶିତ କରିଥାଏ । ପୂର୍ବରୁ ନିଷ୍କ୍ରିୟ ଥିବା ଥିବା କେତେକ ରାଷ୍ଟ୍ରର ଗୋଷ୍ଠୀକୁ ପରିବର୍ତିତ ରୂପ ଦେଇ ୨୪ ଅକ୍ଟୋବର ୧୯୪୫ରେ ମିଳିତ ଜାତିସଂଘର ସଂସ୍ଥାପନା ହେଇଥିଲା । ଦ୍ଵିତୀୟ ମହାସମର ପରେ ଯେମିତି ସେପରି ନ ହୁଏ ସେତେବେଳେ ୫୧ଟି ସଦସ୍ୟ ରାଷ୍ଟ୍ରକୁ ନେଇ ଗଠନ ହେଇଥିବା ମିଳିତ ଜାତିସଂଘରେ ବର୍ତମାନ ସଦସ୍ୟ ସଂଖ୍ୟା ୧୯୩ । ମିଳିତ ଜାତିସଂଘର ମୁଖ୍ୟ କାର୍ଜ୍ୟାଳୟ ନିଉୟର୍କ ସହରର ମାନହାଟ୍ଟନଠାରେ ଅବସ୍ଥିତ । ଏହା ବ୍ୟତୀତ ଜେନେଭା , ନାଇରୋବି ,ଏବଂ ଭିଏନାରେ ମଧ୍ୟ ମୁଖ୍ୟ କାର୍ଜ୍ୟାଳୟ ସବୁ ରହିଛି ।ଏହି ସଂଗଠନ ସଦସ୍ୟ ରାଷ୍ଟ୍ର ସମୂହଙ୍କ ସ୍ଵେଚ୍ଛାକୃତ ଏବଂ ଆତ୍ମ ନିର୍ଧାରିତ ଅନୁଦାନଦ୍ଵାରା ପରିଚାଳିତ ହୁଏ । ଏହାର ମୂଳ ଲକ୍ଷ୍ୟ ହେଲା ଅନ୍ତର୍ଜାତିକ ଶାନ୍ତି ଓ ସୁରକ୍ଷା ବଜାୟ ରଖିବା , ମାନବିକ ଅଧିକାରର ଅଗ୍ରାଧିକାର , ସାମାଜିକ ଓ ଅର୍ଥନୈତିକ ସନ୍ତୁଳନ ରଖିବା , ପରିବେଶର ସୁରକ୍ଷା କରିବା ଓ ମରୁଡି ବା ପ୍ରକୃତିକ ଦୁର୍ବିପାକ ସମୟରେ ମାନବିକ ସାହାଯ୍ୟ ଯୋଗେଇଦେବା , ଓ ସାମରିକ ଦ୍ଵନ୍ଦର ସମାଧାନ କରିବା ।
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ଵିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ଵିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ଵଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।