ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଲଭ୍ ପ୍ରମିଜ୍, ମୁକ୍ତିଲାଭ କରିବାକୁ ଥିବା ଓଡ଼ିଆ କଥାଚିତ୍ର । ଜୟା ବିଶ୍ୱାସ ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଏବଂ କାହାଣୀ, ଚିତ୍ରନାଟ୍ୟ ଓ ସଂଳାପ ରଚନା କରିଥିଲେ । ସନ୍ତୋଷ ବିଶ୍ୱାଳ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ରାକେଶ ଦେଓ ଏବଂ ଜୟା ବିଶ୍ୱାସ । ଜୟା ଜଣେ ନୃତ୍ୟଗୁରୁ ଭାବରେ ପୂର୍ବରୁ କିଛି ଓଡ଼ିଆ ଚଳଚ୍ଚିତ୍ରରେ କାର୍ଯ୍ୟ କରିଥିଲେ ଏବଂ ଓଡ଼ିଆ କଥାଚିତ୍ର ଚୁପ୍ କିଏ ଆସୁଛିରେ ମଧ୍ୟ ଅଭିନୟ କରିଥିଲେ । ଏହିସହ ସେ ସାର୍ଥକ ଟିଭିରେ ପ୍ରସାରିତ ନୃତ୍ୟଭିତ୍ତିକ କାର୍ଯ୍ୟକ୍ରମ ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସରେ ମଧ୍ୟ ବିଚାରିକା ଭାବରେ ହରିହର ଦାସ ଏବଂ ଶାଶ୍ଵତ ଯୋଶୀଙ୍କ ସହ ପୂର୍ବରୁ କାର୍ଯ୍ୟ କରିଥିଲେ । ମନୋଜ ମିଶ୍ର, ଉଷସୀ ମିଶ୍ର, ଜ୍ୟୋତି, ବିଶ୍ୱ ଆଦି କଳାକାମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
କୁମ୍ଭାଟୁଆ ( ଇଂରାଜୀରେ Greater Coucal ବା Crow pheasant, ଜୀବ ବିଜ୍ଞାନ ନାମ Centropus sinensis) ହେଉଛି କୋଇଲି ପ୍ରଜାତିର ଏକ ସ୍ୱଜୀବି ବିହଂଗ । ଭାରତୀୟ ଉପମଦେଶ ତଥା ଦକ୍ଷିଣ ପୂର୍ବ ଏସିଆରେ ପରିବ୍ୟାପ୍ତ ଏହି ଚଢେଇକୁ କେତେ ଗୁଡିଏ ଉପ ପ୍ରଜାତିରେ ବିଭାଗୀକରଣ କରାଯାଇଥାଏ, ଯେଉଁଥିରୁ କିଛିଂକୁ ସମ୍ପୁର୍ଣ୍ଣ ପ୍ରଜାତିରେ ବିବେଚନା କରାଯାଏ । ସେମାନେ ଦେଖିବାକୁ ବଡ କାଉ ଭଳି କିଂତୁ ଲମ୍ବା ଲାଂଜ, ତମ୍ବା ମାଟିଆ ରଂଗର ଡେଣା ଏବଂ ସେମାନେ ଜଂଗଲ ଠାରୁ ଆରମ୍ଭ କରି, ଚାଷ ଜମି ଓ ସହରୀ ଉଦ୍ୟାନ ଭଳି ବ୍ୟାପ୍ତ ପରିବେଶରେ ଦେଖାଯାଆଂତି ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଦେବସ୍ନାନ ପୂର୍ଣ୍ଣିମା ପରଦିନଠାରୁ ନେତ୍ରୋତ୍ସବ ପର୍ଯ୍ୟନ୍ତ ଜଗନ୍ନାଥ ମନ୍ଦିରରେ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରା ଜରରେ ପୀଡ଼ିତ ହୋଇ ଉପଚାର ଘେନୁଥିବାରୁ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତିନାହିଁ । ଏହି କାଳକୁ ଅଣସର ବା ଅନବସର କୁହାଯାଏ । ଦେବସ୍ନାନ ପୂର୍ଣ୍ଣିମା ଦିନ ଦେବସ୍ନାନ ମଣ୍ଡପରେ ଜଗନ୍ନାଥ, ବଳଭଦ୍ର, ଓ ସୁଭଦ୍ରାଙ୍କ ପ୍ରତିମା ଉପରେ ସୁନାକୂଅର ଅଧିବାସ ହୋଇ ରହିଥିବା ୧୦୮ ଗରା ଜଳ ଢଳାହୋଇ ସ୍ନାନ କରାଯାଏ । ଲଗାତର ୨୧ଦିନ ଧରି ନରେନ୍ଦ୍ର ପୋଖରୀରେ ଚାପଖେଳିବା ପରେ ଶ୍ରୀଜୀଉମାନେ ୧୦୮ ଗରା ଜଳରେ ସ୍ନାନ କରିବାରୁ ତାଙ୍କୁ ଜ୍ଵର ହୋଇଛି ବୋଲି ଯାତ୍ରୀମାନଙ୍କୁ କହାଯାଏ । ଜ୍ଵର ହେବାପରେ ଶ୍ରୀଜୀଉମାନଙ୍କୁ ଉପଚାର କରିବା ନିମନ୍ତେ ଦଇତାପତି ସେବକ ଓ ଅନ୍ୟ ସେବକମାନେ ଠାକୁରମାନଙ୍କୁ ଅଣସର ଘରକୁ (ଜଗନ୍ନାଥ ମନ୍ଦିରର ଜଗମୋହନରେ ଚନ୍ଦନ ଅର୍ଗଳି ନିକଟରେ ଥିବା ଏକ ସ୍ଥାନ) ନିଅନ୍ତି । ଏହି ସମୟରେ ମହାପ୍ରଭୁଙ୍କ ଦେହରେ ଚୁଆ, କର୍ପୁର, କସ୍ତୁରୀ ଓ ଚନ୍ଦନ ଲେପନ କରାଯିବା ସହ ପାରମ୍ପାରିକ ଉପଚାର କରାଯାଏ । ଅଣସର ଘରେ କେବଳ ଦଇତା ସେବକମାନେ ଅର୍ଥାତ ବିଶ୍ଵାବସୁଙ୍କ ବଂଶଧରମାନେ ସେବାକାର୍ଯ୍ୟ କରନ୍ତି । ବର୍ଷକ ବାର ମାସ ମଧ୍ୟରୁ ପତି ମହାପାତ୍ର ବା ବ୍ରାହ୍ମଣମାନଙ୍କ ସେବା ୧୧ମାସ ଏବଂ ଦଇତାମାନଙ୍କ ସେବା ଏକ ମାସ । ଏହା ଆଷାଢ଼ କୃଷ୍ଣ ପ୍ରତିପଦାରୁ ନୀଳାଦ୍ରୀ ବିଜେ ଯାଏଁ ଚଉଦଦିନ ଧରି କରାଯାଇଏ ।
ଓଡ଼ିଶା ପର୍ବପର୍ବାଣୀର ରାଜ୍ୟ । ଏଠି ବାରମାସରେ ତେରପର୍ବ ପାଳନ କରାଯାଏ । ପ୍ରତ୍ୟେକ ପର୍ବପର୍ବାଣୀର ଏକ ନିଜସ୍ୱ ସ୍ୱତନ୍ତ୍ରତା ରହିଛି । ଉତ୍କଳୀୟ ପର୍ବପର୍ବାଣୀ ସାଧାରଣତଃ ଧର୍ମ ଓ ପୌରାଣିକ ଉପାଖ୍ୟାନର ଭିତ୍ତି ଉପରେ ପ୍ରତିଷ୍ଠିତ । ଓଡ଼ିଶା ମାଟିରେ ଅଗଣିତ ଦେବୀ ଦେବତାଙ୍କର ଉପାସନା ହୋଇଥାଏ । ପ୍ରତ୍ୟେକ ପଲ୍ଲୀଗ୍ରାମରେ ନିଜର ଗ୍ରାମଦେବତା ବା ଗ୍ରାମଦେବତୀ ରହିଥାନ୍ତି। ଆଉ ଏଇ ଗ୍ରାମଦେବତା ବା ଦେବତୀ ମାଟିର ମଣିଷ ପରି ସାଧାସିଧା, ସରଗର ପରୀ କି ଯକ୍ଷ କିନ୍ନରଙ୍କ ପରି ଅଦ୍ଭୁତ ଆକାର ବା ବେଶଭୂଷାଧାରୀ ହୋଇ ନ ଥାନ୍ତି । ଆଉ ସମସ୍ତଙ୍କର ଥାଏ ଏକ ନିଆରା କିମ୍ବଦନ୍ତୀ, ଏକ ଅଲଗା ଇତିହାସ, ଭିନ୍ନ ଏକ ପରମ୍ପରା, ଏକ ପରବ, ଏକ ମଉଛବ । ପର୍ବପର୍ବାଣୀ ଗୁଡ଼ିକରେ ଜନଜୀବନର ସଂସ୍କୃତି, ଜାତୀୟତା ବୋଧ ଓ ଧର୍ମଧାରଣା ଆଦି ସଂଶ୍ଳିଷ୍ଠ । ଉତ୍କଳୀୟ ପର୍ବପର୍ବାଣୀ ମହାଭାରତୀୟ ସ୍ରୋତରୁ ଭିନ୍ନ ନୁହେଁ ବିଶେଷତଃ ପର୍ବପର୍ବାଣୀ, ଓଷାବ୍ରତ ଓ ଯାନିଯାତ୍ରା ଗୁଡ଼ିକ ତିଥି, ବାର, ନକ୍ଷତ୍ର, କୃଷିକର୍ମ, ଦେବଦେବୀ, ଶାସ୍ତ୍ରୀୟ କାହାଣୀ, ଲୋକକଥା, ଆନନ୍ଦମହୋତ୍ସବ ପାଇଁ ପାଳିତ ହୋଇଥାଏ ଉତ୍କଳୀୟ ପର୍ବପର୍ବାଣୀ ଗୁଡ଼ିକୁ ଚାରୋଟି ମୁଖ୍ୟ ଭାଗରେ ବିଭକ୍ତ କରାଯାଇପରେ ଯଥା । ଶାସ୍ତ୍ରୀୟ, ଲୌକିକ, ଆଞ୍ଚଳିକ ଓ କୃଷି ଭିତ୍ତିକ ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ଵାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଡାହୁକ (ଇଂରାଜୀ ନାମ white-breasted waterhen, ଜୀବ ବିଜ୍ଞାନ ନାମ Amaurornis phoenicurus) ହେଉଛି ଏକ ରେଲ ଓ କ୍ରେକ ପରିବାରର ଜଳପକ୍ଷୀ ଯାହାକି ଭାରତୀୟ ଉପମହାଦେଶ ତଥା ଦକ୍ଷିଣ ପୂର୍ବ ଏସିଆରେ ଦେଖାଯାଏ । ସଧାରଣତଃ ସେମାନଂକ ଦେହର ରଂଗ ଗାଢ ସ୍ଲେଟ (କଳା) ହୋଇଥାଏ, ତଥା ସେମାନଂକ ମୁହଁ, ଛାତି ଓ ପେଟ ସଫା ଧଳା ରଂଗର ହୋଇଥାଏ । ସେମାନେ କିଛି ମାତ୍ରାରେ ଅନ୍ୟାନ୍ୟ ରେଲ ପ୍ରଜାତିର ଚଢେଇଂକ ଠାରୁ ସାହାସୀ, ଅନେକ ସମୟରେ ଖୋଲା ସଂତସଂତିଆ ସ୍ଥାନ ଏପରିକି ବ୍ୟସ୍ତବହୁଳ ରାସ୍ତା ନିକଟ ନାଳ ମାନଂକରେ ନିଜର ଲାଂଜକୁ ଉପରକୁ ଟେକି ଚାଲି ଥାଆଂତି । ଏମାନେ ସାଧାରଣତଃ ଉଷା ତଥା ଗୋଧୂଳି (ଅର୍ଥାତ ସକାଳ ଓ ସଂଧ୍ୟା) ସମୟରେ ସକ୍ରିୟ ଥାଆଂତି ।
ଚନ୍ଦନଯାତ୍ରା ଶ୍ରୀମନ୍ଦିରରେ ସବୁଠୁ ଅଧିକ ଦିନ ଧରି ପାଳିତ ହେଉଥିବା ଏକ ପର୍ବ । ଏହା ବୈଶାଖ ଶୁକ୍ଳ ତୃତୀୟା (ଅକ୍ଷୟ ତୃତୀୟା) ଠାରୁ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ (ସ୍ନାନପୂର୍ଣ୍ଣିମାର ପୂର୍ବଦିନ) ପର୍ଯ୍ୟନ୍ତ ମୋଟ ୪୨ ଦିନ ଧରି ଅନୁଷ୍ଠିତ ହୋଇଥାଏ । ଏହା ଅକ୍ଷୟ ତୃତୀୟା ଠାରୁ ଜ୍ୟେଷ୍ଠ କୃଷ୍ଣ ଅଷ୍ଟମୀ ପର୍ଯ୍ୟନ୍ତ ୨୧ଦିନ ନରେନ୍ଦ୍ର ପୁଷ୍କରଣୀରେ ବାହାର ଚନ୍ଦନଯାତ୍ରା ରୂପେ ଓ ପରବର୍ତ୍ତୀ ୨୧ଦିନ (ଜ୍ୟୈଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ) ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଭିତର ଚନ୍ଦନ ରୂପେ ପାଳିତ ହୋଇଥାଏ ।
ଗର୍ଭାବସ୍ଥା, (ଅନ୍ୟ ନାମ ପ୍ରେଗନାନ୍ସି ବା ଗ୍ରାଭିଡିଟି ବା ଜେସ୍ଟାସନ, ଇଂରାଜୀରେ ଯଥାକ୍ରମେ Pregnancy or gravidity or gestation) ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଅପତ୍ୟ (offspring) ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଭୁବନେଶ୍ଵର ଭୁବନେଶ୍ଵର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ଵର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ଵର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ଵାରା ବିଶେଷ ଆଦୃତ ହୋଇଅଛି ।
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ଵିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ଵିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ଵଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ହୃତ୍ପିଣ୍ଡ ହେଉଛି ସମସ୍ତ ମେରୁଦଣ୍ଡୀ ପ୍ରାଣୀଙ୍କ ଶରୀରରେ ଥିବା ଏକ ମାଂସଳ ଅଙ୍ଗ ଯାହା ମାନବ ଓ ଅନ୍ୟ ପଶୁମାନଙ୍କ ଦେହରେ ଥାଏ ଓ ରକ୍ତ ସଞ୍ଚାଳନ ପ୍ରଣାଳୀରେ ଥିବା ରକ୍ତନଳୀ ଭିତରକୁ ରକ୍ତ ପମ୍ପ କରେ । ରକ୍ତ ଶରୀରକୁ ଅମ୍ଳଜାନ ଓ ପୋଷକ (nutrients) ଯୋଗାଏ ତଥା ବିପାକ ଜନିତ ବର୍ଜ୍ୟବସ୍ତୁ ନିଷ୍କାସନରେ ସାହାଯ୍ୟ କରେ । ଛାତିର ମେଡିଆସ୍ଟାଇନମ୍ର ମଧ୍ୟ କୋଠରୀରେ ଏହା ଅବସ୍ଥିତ । ଅତି ଶକ୍ତ ମାଂସପେଶୀରେ ଗଠିତ ଏହି ଅଙ୍ଗର ଆକାର ହାତମୁଠା ପରି । ଏହା ନିୟମିତ ସଙ୍କୁଚିତ ଓ ପ୍ରସାରିତ ହୋଇ ଶରୀରରେ ରକ୍ତ ସଞ୍ଚାଳନ କରେ ।
ଭାରତର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ
ଭାରତ ଏକ ସଂଗଠିତ ଗଣରାଜ୍ୟ ଏହା ଅଣତିରିଶିଟି ରାଜ୍ୟ ଓ ସାତଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭାଜିତ ହୋଇଛି । ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପୁନର୍ବାର ଜିଲ୍ଲା ଆଦିରେ ଉପବିଭାଜିତ ହୋଇଛନ୍ତି ।.
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ଵଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଏହା ଏକ କପୋତ ଶ୍ରେଣୀୟ ପକ୍ଷୀ । ଅପାଳିତ ଅବସ୍ଥାରେ ଏମାନେ ଘରର ଚାଳରେ ଦେଉଳର ଖୋଲରେ ଓ ପର୍ବତ ଖୋଲରେ ରହନ୍ତି । ଗୃହପାଳିତ ପାରାମାନେ ଧଳା, କଳା, ନାଲି ଆଦି ନାନା ରଙ୍ଗର ହୁଅନ୍ତି ଏମାନଙ୍କର ଶଦ୍ଦକୁ ଘୁମୁରିବା କହନ୍ତି ଏମାନଙ୍କର ଧ୍ୱନି 'ଚକ୍ ବକୂମ୍ କୀମ୍' । ଏମାନେ ଘମୁରିଲା ବେଳେ ବେକ ଫୁଲାନ୍ତି । ଏମାନେ ବହୁ ଉଚ୍ଚରେ ଉଡ଼ି ପାରନ୍ତି ଓ ଉଡ଼ିବା ସମୟରେ ଲୋଟଣି ପାରାମାନେ ବନ୍ଧ ଭାଙ୍ଗନ୍ତି । ଇଉରୋପ ଆଦି ଦେଶରେ ଏମାନଙ୍କ ଗୋଡ଼ରେ ଚିଠି ବାନ୍ଧି ଦେଇ ଉଡ଼ାଇ ଦେଲେ ଏମାନେ ଦୂର ଦେଶରେ ଅଭିପ୍ରେତ ସ୍ଥାନରେ ଯାଇ ପହଞ୍ଚିବାଦ୍ୱାରା ଦୂରବାସୀ ମାନେ ସମ୍ବାଦ ପାଆନ୍ତି । ପାରାମାନଙ୍କ ଉଡ଼ିବା ଦେଖିବା ପାଇଁ ଲୋକେ ସଉକିରେ ପାରା ପାଳନ୍ତି ଏମାନଙ୍କର ଦୃଷ୍ଟିଶକ୍ତି ଅତି ପ୍ରଖର ଏମାନେ ଉପରକୁ ୧/୨: ମାଇଲ ଉଚ୍ଚକୁ ଉଠି ମେଘରେ ଅଦୃଶ୍ୟ ହୋଇ ଯାଆନ୍ତି ଭୂଇଁରେ ସୋରିଷ ବୁଣି ଦେଲେ ଏମାନେ ବହୁ ଉଚ୍ଚରୁ ତାହା ଦେଖି ଖୁଣ୍ଟି ପାରନ୍ତି ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ହାଇପରକ୍ୟାଲସେମିଆ (ଇଂରାଜୀ ଭାଷାରେ Hypercalcaemia ବା hypercalcemia) ନାମ ଦିଆଯାଏ ଯେତେବେଳେ ରକ୍ତରେ (blood serum) କ୍ୟାଲସିଅମ (calcium) (Ca2+) ମାତ୍ରା ସାଧାରଣ ସ୍ତର ଅପେକ୍ଷା ଅଧିକ ହୋଇଯାଏ । କ୍ୟାଲସିଅମର ସାଧାରଣ ସ୍ତର ରକ୍ତରେ ୨.୧ରୁ ୨.୬ ମିମୋ/ଲି ବା ୮.୮ରୁ ୧୦.୭ ମିଗ୍ରା/ଡେଲି ଥାଏ, ଏହି ସ୍ତର ୪.୩ରୁ ୫.୨ ମିଇକ୍ୟୁ/ଲିରୁ ଅଧିକ ହେଲେ ହାଇପରକ୍ୟାଲସେମିଆ ନାମ ଦିଆଯାଏ । ଏହି ମାତ୍ରା ସାମାନ୍ୟ ଅଧିକ ହୋଇଥିଲେ ଓ ଧୀରେ ଧୀରେ ଅଧିକ ହେଉଥିଲେ ସାଧାରଣତଃ କୌଣସି ଲକ୍ଷଣ ଦେଖାଯାଏ ନାହିଁ । ଶୀଘ୍ର କ୍ୟାଲସିଅମ ସ୍ତର ବଢ଼ୁଥିଲେ ବା ଅଧିକ ଥିଲେ ଉଦର ଯନ୍ତ୍ରଣା (abdominal pain), ଅସ୍ଥି ଯନ୍ତ୍ରଣା, ଦ୍ୱନ୍ଦ (confusion), ଅବସାଦ (depression), ଦୁର୍ବଳତା, ବୃକ୍କ ପଥର ରୋଗ ବା ହୃଦ୍ରୋଧ ଭଳି ଅନିୟମିତ ହୃତ୍ ସ୍ପନ୍ଦନ ଇତ୍ୟାଦି ବେମାରୀ ହୋଇପାରେ । ପ୍ରାଥମିକ ହାଇପରପାରାଥାଇରଏଡିଜ୍ମ ବା କର୍କଟ ରୋଗ ଯୋଗୁ ଅଧିକାଂଶ ହାଇପରକ୍ୟାଲସେମିଆ ହୁଏ । ଅନ୍ୟାନ୍ୟ କାରଣମାନଙ୍କ ମଧ୍ୟରେ ସାର୍କଏଡୋସିସ (sarcoidosis), ଯକ୍ଷ୍ମା। ପ୍ୟାଜେଟସ ଡିଜିଜ (Paget disease), ଜୀବସାର ଘ ବିଷାକ୍ତତା (vitamin D toxicity), ଫ୍ୟାମିଲିଆଲ ହାଇପୋକ୍ୟାଲସିୟୁରିକ ହାଇପରକ୍ୟାଲସେମିଆ (familial hypocalciuric hypercalcaemia) ଓ ଲିଥିଅମ (lithium) ତଥା ହାଇଡ୍ରୋକ୍ଲୋରୋଥିଆଜାଇଡ ଭଳି କେତେକ ଔଷଧ ଯୋଗୁ ଏହି ଅବସ୍ଥା ଜାତ ହୁଏ । ଗୋଟିଏ ସପ୍ତାହର ଚିକିତ୍ସା ପରେ କ୍ୟାଲସିଅମ ସ୍ତର ସଠିକ (corrected calcium) ହେଲେ ବ ଆୟୋନାଇଜଡ କ୍ୟାଲସିଅମ (ionized calcium) ସ୍ତର ଦେଖି ରୋଗ ନିର୍ଣ୍ଣୟ କରାଯାଏ । ଇସିଜିରେ (electrocardiogram) ନିର୍ଦ୍ଦିଷ୍ଟ ପରିବର୍ତ୍ତନ ଦେଖାଯାଏ । ଅନ୍ତର୍ନିହିତ କାରଣର ଚିକିତ୍ସା ସହିତ ଶିରାଭ୍ୟନ୍ତର ତରଳ ପଦାର୍ଥ (intravenous fluids), ଫୁରୋସେମାଇଡ, କ୍ୟାଲସିଟୋନିନ (calcitonin) ବା ପାମିଡ୍ରୋନେଟ (pamidronate) ଇତ୍ୟାଦି ଦିଆଯାଏ । ଫୁରୋସେମାଇଡର ଉପକାରୀତାର ବିଶେଷ ପ୍ରମାଣ ମିଳୁନାହିଁ । କ୍ୟାଲସିଅମ ସ୍ତର ଅତ୍ୟଧିକ ହୋଇଥିଲେ ଡାକ୍ତରଖାନାରେ ଆଡମିଶନ ଆବଶ୍ୟକ ହୁଏ । ଏହି ଚିକିତ୍ସା ଯୋଗୁ ଉପକାର ନ ମିଳିଲେ ହେମୋଡାଏଲିସିସ (Hemodialysis) କରାଯାଇପାରେ । ଜୀବସାର ଘ ଯୋଗୁ ହୋଇଥିଲେ ସ୍ଟିରଏଡ ଆବଶ୍ୟକ ହୁଏ । ହାଇପରକ୍ୟାଲସେମିଆ ସାଧାରଣ ଭାବରେ ଦେଖାଯାଏ । ପ୍ରାଥମିକ ହାଇପରପାରାଥାଇରଏଡିଜ୍ମ ରୋଗ ପ୍ରତି ଏକ ହଜାର ଲୋକରେ ୧ରୁ୭ ଜଣକୁ ହୁଏ ଓ କର୍କଟ ରୋଗୀଙ୍କ ମଧ୍ୟରୁ ୨.୭% ଜଣକୁ ହାଇପରକ୍ୟାଲସେମିଆ ହୁଏ ।
ବିବାହ କହିଲେ ସାଧାରଣତଃ ଜଣେ ପୁରୁଷ ଜଣେ ମହିଳାଙ୍କ ସହିତ ସାମାଜିକ ଓ ଆଇନଗତ ସ୍ୱିକୃତି ସହିତ ସହାବସ୍ଥାନ ଓ ପରସ୍ପର ପ୍ରତି ତଥା ସେମାନଙ୍କର ପିଲାମାନଙ୍କ ଓ ସମ୍ପର୍କୀୟଙ୍କ ପ୍ରତି ଅନ୍ତର୍ନିହିତ ଅଧିକାର ଓ କର୍ତ୍ତବ୍ୟକୁ ବୁଝାଏ । ବିଭିନ୍ନ ସଂସ୍କୃତିରେ ବିବାହର ସଂଜ୍ଞା ଭିନ୍ନ ଥାଏ କିନ୍ତୁ ଏହା ଏକ ଅନୁଷ୍ଠାନ ଯେଉଁଥିରେ ମୂଖ୍ୟତଃ ଯୌନ ସମ୍ପର୍କକୁ ଅଗ୍ରାଧିକାର ଦିଆଯାଏ । ଏହା ସହିତ ପାରିବାରିକ, ସାମାଜିକ, ଅର୍ଥନୈତିକ, ଧର୍ମ ସମ୍ବନ୍ଧୀୟ ଭାବୁକତା ମଧ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । କେତେକ ସଂସ୍କୃତିରେ କୌଣସି ଯୌନ କାରବାର କରିବା ପୂର୍ବରୁ ବିବାହ ବାଧ୍ୟତାମୂଳକ । କେତେକ ସଂସ୍କୃତିରେ ସ୍ଥିରିକୃତ ବିବାହ, ବାଲ୍ୟ ବିବାହ, ଏକାଧିକ ବିବାହ ଓ ବଳପୂର୍ବକ ବିବାହ ପ୍ରଥା ଅଛି । ଅନ୍ୟ ପକ୍ଷରେ ଏହି ଭଳି ବିବାହ ଅନେକ ସ୍ଥାନରେ ବେନିୟମ ଓ ଦଣ୍ଡନୀୟ କାରଣ ଏହା ମହିଳାଙ୍କ ଅଧିକାରର ଆନ୍ତର୍ଜାତୀୟ ନିୟମର ପରିପନ୍ଥି । ବିବାହକୁ ସ୍ୱୀକୃତ ଦିଏ ରାଜ୍ୟ, ସଂଗଠନ, ଆଦିବାସୀ ଦଳ, ସ୍ଥାନୀୟ ଗୋଷ୍ଟି ବା ସମ୍ମାନନୀୟ ବ୍ୟକ୍ତି । ବିବାହକୁ ଅନେକ ଏକ ଅନୁବନ୍ଧିତ କାନୁନୀ ବିବାହ ମନେକରନ୍ତି । କାନୁନୀ ବିବାହରେ ଧାର୍ମିକ କ୍ରିୟା ସମ୍ପାଦିତ ହୁଏ ନାହିଁ । ବିଂଶ ଶତାବ୍ଦୀରେ ଆଗରୁ ଅଣସ୍ୱିକୃତ ଥିବା ଭିନ୍ନ ଜାତି ବିବାହ, ଭିନ୍ନ ବିଶ୍ୱାସ ବିବାହ ଓ ସମଲିଙ୍ଗୀ ବିବାହକୁ ଅନେକ ଦେଶ ସ୍ୱିକୃତି ଦେଇସାରିଛନ୍ତି । ବିବାହ ହିନ୍ଦୁମାନଙ୍କର ଦଶବିଧ ସଂସ୍କାର(ଗର୍ଭାଧାନ, ପୁଂସବନ, ସୀମାନ୍ତୋନ୍ନୟନ, ଜାତକର୍ମ, ନାମକରଣ, ଅନ୍ନପ୍ରାଶନ, ମୁଣ୍ଡନ, ଉପନୟନ, ସମାବର୍ତ୍ତନ, ବିବାହ) ମଧ୍ୟରୁ ଗୋଟିଏ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ସେ ଜଗତସିଂହପୁର ଜିଲ୍ଲାର ବାଲିକୁଦାଠାରେ ୨୧ ଜାନୁଆରୀ ୧୯୪୩ ମସିହାରେ ଜନ୍ମ ଗ୍ରହଣ କରିଥିଲେ । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଦେଶର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ଵୀକୃତି ଲାଭ କରିଥିଲା । ଶ୍ରୀମତୀ ରାୟ ତାଙ୍କର ଯାଜ୍ଞସେନୀ (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ । ପରବର୍ତ୍ତୀ ସମୟରେ ଏହା ସାତଟି ଭାଷାରେ ଅନୁବାଦିତ ହୋଇଥିଲା ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ । ତଥ୍ୟ ପୃଷ୍ଠାରେ ଯୋଡାଯାଇଥିବା ହାଇପରଲିଙ୍କ ଗୁଡିକ ବ୍ୟବହାରକାରୀକୁ ସହଜରେ ଅନ୍ୟ ଏକ ଇଣ୍ଟର୍ନେଟ ପୃଷ୍ଠାକୁ ଯିବାରେ ସାହାଯ୍ୟ କରିଥାଏ । ବର୍ତ୍ତମାନ ବିଶ୍ଵରେ କେତେକ ଲୋକପ୍ରିୟ ବ୍ରାଉଜର ହେଉଛନ୍ତି ଫାୟାର ଫକ୍ସ , ଗୁଗୁଲ , ଅପେରା , ସଫାରି ଇତ୍ୟାଦି ।
ଉଇକିପିଡ଼ିଆ' (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା ୱେବକୁ ନେଇ ତିଆରି ମିଳିତ ବହୁଭାଷୀ ଜ୍ଞାନକୋଷ । ଏହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ପରିଚାଳିତ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର ଉଇକିଆଳିଙ୍କଦ୍ୱାରା ସମ୍ପାଦିତ । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦେଇ ବଦଳାଯାଇପାରିବ । ଉଇକିପିଡ଼ିଆ ୨୦୦୧ ମସିହାରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦେଇ ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ । ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଦି ଓପନ ଡେଫିନେସନ ଓପନ ନଲେଜ ଫାଉଣ୍ଡେସନ (ଅଧୁନା ଓପନ ନଲେଜ ଇଣ୍ଟରନ୍ୟାସନାଲ (OKI))ଦ୍ୱାରା ପ୍ରକାଶିତ ଏକ ନଥି । ଡାଟା ଓ କଣ୍ଟେଣ୍ଟ ସହ ଯୋଡ଼ି ଏହା ଖୋଲାପଣ (ଓପନନେସ)କୁ ସଜ୍ଞାବଦ୍ଧ କରିଛି । କୌଣସି ବିଷୟବସ୍ତୁ କି କି ଲାଇସେନ୍ସ ଲୋଡ଼ିଥାଏ ଓ ତାହା ଖୋଲା ଲାଇସେନ୍ସ ଭାବେ ମଣାଯାଇପାରିବ କି ନାଁ ଏହା ସେ ବାବଦରେ ଦର୍ଶାଇଥାଏ । ଏହି ସଜ୍ଞା ଓପନ ସୋର୍ସ ଡେଫିନେସନରୁ ଆଧାରିତ ।
ଛ ମାଣ ଆଠ ଗୁଣ୍ଠ ହେଉଛି ଫକୀର ମୋହନ ସେନାପତିଙ୍କର ଲିଖିତ ଉପନ୍ୟାସ। ୧୮୯୭ରେ ପ୍ରଥମେ ଏହା ଧାରାବାହିକ ଭାବରେ ଉତ୍କଳ ସାହିତ୍ୟ ପତ୍ରିକାରେ ପ୍ରକାଶିତ ହୋଇଥିଲା। ଫକୀର ମୋହନ ଏହାକୁ ଧୂର୍ଜଟି ଛଦ୍ମନାମରେ ପ୍ରକାଶ କରାଇଥିଲେ। ସେତେବେଳର ସାଧାରଣ ଜୀବନ ଉପରେ ଆଧାରିତ ଏହା ଏକ ବାସ୍ତବଧର୍ମୀ ଉପନ୍ୟାସ ଥିଲା। ଏପରିକି କିଛି ଲୋକ ଏହି କାହାଣୀକୁ ସତ ବୋଲି ମଧ୍ୟ ବିଚାର କରୁଥିଲେ। ୧୯୮୬ରେ ପାର୍ବତୀ ଘୋଷ ଉପନ୍ୟାସକୁ ଆଧାର କରି ଓଡ଼ିଆ ଚଳଚ୍ଚିତ୍ର ନିର୍ମାଣ କରିଥିଲେ।
ମାୟାଧର ମାନସିଂହ (୧୯୦୫-୧୯୭୩) ଖୋର୍ଦ୍ଧା ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ଵବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ଵବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ପିଜା ଏକ ଚେପ୍ଟା ପାଉଁରୁଟି ଯାହା ଉପରେ ଟମାଟୋ ସସ୍ ଓ ଛେନା ରଖି ଓଭେନରେ ସେକାଯାଏ । ସାଧାରଣତଃ ଏହା ଉପରେ ମାଂସ, ପରିବା ଓ ମସଲା ଦିଆଯାଏ । ଦଶମ ଶତାବ୍ଦୀରେ ଲିଖିତ ଏକ ହସ୍ତଲିପି ମଧ୍ୟ ଇଟାଲିର (Italy) ଗାଏଟାରେ ମିଳିଛି ଯେଉଁଥିରେ ପ୍ରଥମେ ପିଜା ଶବ୍ଦ ଲିପିବଦ୍ଧ ହୋଇଛି । ଆଧୁନିକ ପିଜା ଇଟାଲିର ନେପ୍ଲସ୍ରେ (Naples) ଉଦ୍ଭାବନ କରାଯାଇଥିଲା ଯାହା ପୃଥିବୀର ଅନେକ ସ୍ଥାନରେ ଜନପ୍ରିୟ ହୋଇଛି ।
ଯକ୍ଷ୍ମା (ଟିବି) ଏକ ସଂକ୍ରମକ ରୋଗ ଯାହା ମାଇକୋବ୍ୟାକ୍ଟେରମ ଟ୍ୟୁବରକ୍ୟୁଲୋସିସଦ୍ୱାରା (MTB) ହୁଏ । ଯକ୍ଷ୍ମା ସାଧାରଣତଃ ଫୁସଫୁସକୁ ଆକ୍ରମଣ କଲେ ମଧ୍ୟ ଶରୀରର ଯେ କୌଣସି ଅଙ୍ଗରେ ଏହାଦ୍ୱାରା ରୋଗ ହୋଇପାରେ । ଅଧିକାଂଶ ସଂକ୍ରମଣରେ କୌଣସି ଲକ୍ଷଣ ହେଉ ନ ଥିବାରୁ ତାହାକୁ ପ୍ରଛନ୍ନ ଯକ୍ଷ୍ମା ଓ ଇଂରାଜୀ ଭାଷାରେ ଲେଟେଣ୍ଟ ଟ୍ୟୁବରକୁଲୋସିସ (latent tuberculosis) କୁହାଯାଏ । ଏହି ପ୍ରଛନ୍ନ ଯକ୍ଷ୍ମା ମଧ୍ୟରୁ ପ୍ରାୟ ୧୦% ସଂକ୍ରମଣ ସକ୍ରିୟ ରୋଗରେ ପରିଣତ ହୁଏ ଯାହାକୁ ଚିକିତ୍ସା ନ କଲେ ସେଥିରୁ ଅଧେ ଲୋକ ମୃତ୍ୟୁ ବରଣ କରନ୍ତି । ସକ୍ରିୟ ଫୁସଫୁସ ଯକ୍ଷ୍ମା ରୋଗରେ କ୍ରନିକ ବା ଦୀର୍ଘକାଳୀନ କାଶ ସହିତ ରକ୍ତ ମିଶ୍ରିତ ଖଙ୍କାର ପଡ଼େ, ଜ୍ୱର, ରାତ୍ରୀ ସ୍ୱେଦ ନିର୍ଗତ ଓ ଓଜନ ହ୍ରାସ ହୁଏ । ଓଜନ ହ୍ରାସ ହେଉଥିବାରୁ ଏହାକୁ କ୍ଷୟ ରୋଗ ନାମ ଦିଆଯାଇଥିଲା । ବିଭିନ୍ନ ଅଙ୍ଗର ସଂକ୍ରମଣରେ ଭିନ୍ନ ଭିନ୍ନ ପ୍ରକାର ଲକ୍ଷଣ ପ୍ରକାଶ ପାଏ ।ଯକ୍ଷ୍ମା ଏକ ବାୟୁ ମାଧ୍ୟମରେ ବ୍ୟାପେ ଓ ଫୁସଫୁସ ଯକ୍ଷ୍ମା ରୋଗୀ କାଶିଲେ, ଛିଙ୍କିଲେ, ଛେପ ପକେଇଲେ ବା କଥା କହିଲେ ଏହାର ଜୀବାଣୁ ଦେହରୁ ବାହାରି ବାୟୁ ମାଧ୍ୟମରେ ବ୍ୟାପିଯାଏ । ପ୍ରଛନ୍ନ ଯକ୍ଷ୍ମା ରୋଗ ବ୍ୟାପେ ନାହିଁ । ଏଚଆଇଭି/ଏଆଇଡିଏସ ଦେହରେ ଥିଲେ ବା ଅତ୍ୟଧିକ ଦୂମ୍ରପାନ କରୁଥିଲେ ଏହି ରୋଗ ଅଧିକ ହେବା ସମ୍ଭାବନା ରହେ । ଛାତି ଏକ୍ସ-ରେ ଓ ଦେହର ତରଳ ପଦାର୍ଥକୁ ଅଣୁବୀକ୍ଷଣ ଯନ୍ତ୍ରରେ ଦେଖି ବା ଅଣୁଜୀବ କଲଚର କରି ରୋଗ ନିର୍ଣ୍ଣୟ କରାଯାଏ । ମାଣ୍ଟୁକ୍ସ ପରୀକ୍ଷା ଓ ରକ୍ତ ପରୀକ୍ଷା ଉପରେ ପ୍ରଛନ୍ନ ଯକ୍ଷ୍ମା ରୋଗ ନିର୍ଣ୍ଣୟ ନିର୍ଭର କରେ । ଅଧିକ ସଙ୍କଟାପନ୍ନ କେଶ୍ରେ ଯକ୍ଷ୍ମା ପ୍ରତିଷେଧ ନିମନ୍ତେ ସ୍କ୍ରୀନିଙ୍ଗ, ଆଶୁ ଚିହ୍ନଟ ତଥା ଚିକିତ୍ସା ଓ ବିସିଜି ଟିକାକରଣ କରାଯାଏ । ଘରେ, କାର୍ଯ୍ୟସ୍ଥାନରେ ଓ ସାମାଜିକ ମିଳନ ସ୍ଥାନରେ ସକ୍ରିୟ ରୋଗୀ ଥିଲେ ଏହି ରୋଗ ସଙ୍କଟ ଅଧିକ ହୁଏ । ଅଧିକ ସମୟ ନିମନ୍ତେ ଏକାଧିକ ଆଣ୍ଟିବାୟୋଟିକ ଦେଇ ଚିକିତ୍ସା କରାଯାଏ । ଆଣ୍ଟିବାୟୋଟିକ ପ୍ରତିରୋଧ ଏକ ବର୍ଦ୍ଧିଷ୍ଣୁ ସମସ୍ୟା ରୂପେ ଠିଆ ହେଉଛି ।ପୃଥିବୀରେ ଏକ ତୃତୀୟାଂଶ ଲୋକଙ୍କର ଯକ୍ଷ୍ମା ରୋଗ ଥିବା ବିଶ୍ୱାସ କରାଯାଏ । ପ୍ରତିବର୍ଷ ଲୋକ ସଂଖ୍ୟାର ପ୍ରାୟ ୧% ଲୋକଙ୍କର ନୂଆ ରୋଗ ହୁଏ । ସନ ୨୦୧୪ରେ ୯.୬ ନିୟୁତ ଲୋକଙ୍କର ଯକ୍ଷ୍ମା ହୋଇ ପ୍ରାୟ ୧.୫ ନିୟୁତ ଲୋକଙ୍କର ମୃତ୍ୟୁ ହୋଇଥିଲା । ମୋଟ ମୃତ୍ୟୁ ସଂଖ୍ୟାର ୯୫% ବିକାଶଶୀଳ ଦେଶମାନଙ୍କରେ ହୁଏ । ସନ ୨୦୦୦ ପରଠାରୁ ଏହି ରୋଗୀସଂଖା ବଢ଼ିଚାଲିଛି । ଏସିଆ ଓ ଆଫ୍ରିକାର ୮୦% ଲୋକ ଓ ଯୁକ୍ତରାଷ୍ଟ୍ର ଆମେରିକାର ୫ରୁ ୧୦% ଲୋକ ଟ୍ୟୁବରକୁଲିନ ପରୀକ୍ଷାର ପଜିଟିଭ ହୁଏ । ପୁରାକାଳରୁ ମାନବଙ୍କର ଦେହରେ ଯକ୍ଷ୍ମା ହେଉଥିବା ଜଣାଯାଏ । ଆମ ଶରୀରର ରୋଗ ପ୍ରତିରୋଧକ ଶକ୍ତି ଯୋଗୁ ଜୀବାଣୁ ଦେହରେ ପ୍ରବେଶ କଲେ ମଧ୍ୟ ମରି ଯାଆନ୍ତି । କେତେକ କାରଣ ଯେପରିକି ଏଚ.ଆଇ.ଭି ସଂକ୍ରମଣ ରୋଗ ଯୋଗୁ ପ୍ରତିରୋଧକ ଶକ୍ତି କମିଯାଇ ରୋଗ ସଙ୍କଟ ସୃଷ୍ଟି ହୁଏ । ଅଧୁନା ଯକ୍ଷ୍ମା ରୋଗର ଅଧିକ ସଂକ୍ରମଣର ଏହା ଏକ ପ୍ରଧାନ, ଉଲ୍ଲେଖ ଯୋଗ୍ୟ ଓ ଚିନ୍ତା ଉଦ୍ରେକକାରୀ କାରଣ ।
ବିଟ କଏନ ଏକ ଗୁପ୍ତ ମୁଦ୍ରା ବା ଅଦୃଶ୍ୟ କ୍ୟାଶ ଅଟେ । ଏହାକୁ ଅନଲାଇନ ୱାଲେଟ ମଧ୍ୟ କୁହାଯାଏ । ଅନଲାଇନରେ ଦ୍ରବ୍ୟ କ୍ରୟ ପାଇଁ ଏହାକୁ ବ୍ୟବହାର କରାଯାଏ । ସାଂଖିକ ଦେଣନେଣ ( ଡିଜିଟାଲ ପେମେଣ୍ଟ )ର ଏହା ଏକ ମାଧ୍ୟମ ଅଟେ । ବିଟ କଏନଦ୍ୱାରା ବିଶ୍ୱର ଯେକୌଣସି ସ୍ଥାନରୁ ସିଧାସଳଖ କିଣାବିକା କରାଯାଇ ପାରେ । ଏକ ଅଜ୍ଞାତ ପ୍ରୋଗ୍ରାମର କିମ୍ବା ସତୋଶୀ ନାକାମୋତୋ ନାମକ ଏକ ପ୍ରୋଗ୍ରାମର ଗୋଷ୍ଠୀ ଦ୍ବାରା ଉଦ୍ଭାବିତ ହୋଇଥିଲା । ଏହାକୁ ଓପନ ସୋର୍ସରେ ୨୦୦୯ ମସିହାରେ ଛଡ଼ାଯାଇଥିଲା ।