ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ବିପ୍ଳବୀ ଧରଣୀଧର ଭୂୟାଁ (୧୮୬୪-୧୯୧୪) ଓଡ଼ିଶାର ଜଣେ ସୁନାମଧନ୍ୟ ବିପ୍ଳବୀ ଥିଲେ । ୧୮୯୧ ମସିହାରେ କେନ୍ଦୁଝରର ତତ୍କାଳୀନ ରାଜାଙ୍କ ଅତ୍ୟାଚାର ବିରୁଦ୍ଧରେ ଯେଉଁ ପ୍ରଜାମେଳି ହୋଇଥିଲା, ତାହାର ନେତୃତ୍ଵ ନେଇଥିଲେ ବିପ୍ଳବୀ ଧରଣୀଧର । ଏହି ବିଦ୍ରୋହ କେନ୍ଦୁଝର ରାଜ୍ୟର ନିର୍ଦ୍ଦିଷ୍ଟ ସୀମା ଓ ସମ୍ପୃକ୍ତ ଅଞ୍ଚଳର ଆଦିବାସୀ ସଂପ୍ରଦାୟ ମଧ୍ୟରେ ସୀମିତ ଥିଲେ ମଧ୍ୟ ସମଗ୍ର ଓଡ଼ିଶା ଏପରିକି ସାରା ଭାରତବର୍ଷରେ ଚହଳ ପକାଇଥିଲା । ତାଙ୍କର ସ୍ମୃତିରେ କେନ୍ଦୁଝରର ଧରଣୀଧର ମହାବିଦ୍ୟାଳୟର ନାମକରଣ ହୋଇଛି ।
କୁକୁଭ (ଇଂରାଜୀରେ pheasant-tailed jacana, ଜୀବବିଜ୍ଞାନ ନାମ Hydrophasianus chirurgus) ଜଳାଶୟ ପରି ସ୍ଥାନରେ ବାସ କରେ । ଏହି ପକ୍ଷୀ ଜକାନିଡାଏ ପରିବାରର । ଏମାନଙ୍କ ପାଦ ଓସାରିଆ ଓ ପଞ୍ଝା ଭାସମାନ ପାଣି ଗୁଳ୍ମ ଓ ଗଛ ଉପରେ ଚାଲିବାରେ ବେଶ୍ ସହାୟକ ହୁଏ । ଅଗଭୀର ହ୍ରଦ ଓ ଜଳାଶୟ କୁକୁଭମାନଙ୍କ ପ୍ରିୟ ଅଧିବାସ । କୁକୁଭ ଚଢ଼େଇ ପାଣିରେ ପହଁରି ପାରେ । କିନ୍ତୁ ଏହି ପକ୍ଷୀ ଭାସମାନ ଜଳଜ ଉଦ୍ଭିଦ ଉପରେ ଚାଲି ଚାଲି ବୁଲିବା ପସନ୍ଦ କରେ । ମାଈ କୁକୁଭ ଅଣ୍ଡିରା କୁକୁଭଙ୍କଠାରୁ ଅଧିକ ରଙ୍ଗବେରଙ୍ଗୀ ଏବଂ ମାଈ କୁକୁଭମାନେ ଏକାଧିକ ଅଣ୍ଡିରା ସାଥୀଙ୍କ ସହଚରୀ ହୋଇ ରୁହନ୍ତି ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଓଡ଼ିଶା ପର୍ବପର୍ବାଣୀର ରାଜ୍ୟ । ଏଠି ବାରମାସରେ ତେରପର୍ବ ପାଳନ କରାଯାଏ । ପ୍ରତ୍ୟେକ ପର୍ବପର୍ବାଣୀର ଏକ ନିଜସ୍ୱ ସ୍ୱତନ୍ତ୍ରତା ରହିଛି । ଉତ୍କଳୀୟ ପର୍ବପର୍ବାଣୀ ସାଧାରଣତଃ ଧର୍ମ ଓ ପୌରାଣିକ ଉପାଖ୍ୟାନର ଭିତ୍ତି ଉପରେ ପ୍ରତିଷ୍ଠିତ । ଓଡ଼ିଶା ମାଟିରେ ଅଗଣିତ ଦେବୀ ଦେବତାଙ୍କର ଉପାସନା ହୋଇଥାଏ । ପ୍ରତ୍ୟେକ ପଲ୍ଲୀଗ୍ରାମରେ ନିଜର ଗ୍ରାମଦେବତା ବା ଗ୍ରାମଦେବତୀ ରହିଥାନ୍ତି। ଆଉ ଏଇ ଗ୍ରାମଦେବତା ବା ଦେବତୀ ମାଟିର ମଣିଷ ପରି ସାଧାସିଧା, ସରଗର ପରୀ କି ଯକ୍ଷ କିନ୍ନରଙ୍କ ପରି ଅଦ୍ଭୁତ ଆକାର ବା ବେଶଭୂଷାଧାରୀ ହୋଇ ନ ଥାନ୍ତି । ଆଉ ସମସ୍ତଙ୍କର ଥାଏ ଏକ ନିଆରା କିମ୍ବଦନ୍ତୀ, ଏକ ଅଲଗା ଇତିହାସ, ଭିନ୍ନ ଏକ ପରମ୍ପରା, ଏକ ପରବ, ଏକ ମଉଛବ । ପର୍ବପର୍ବାଣୀ ଗୁଡ଼ିକରେ ଜନଜୀବନର ସଂସ୍କୃତି, ଜାତୀୟତା ବୋଧ ଓ ଧର୍ମଧାରଣା ଆଦି ସଂଶ୍ଳିଷ୍ଠ । ଉତ୍କଳୀୟ ପର୍ବପର୍ବାଣୀ ମହାଭାରତୀୟ ସ୍ରୋତରୁ ଭିନ୍ନ ନୁହେଁ ବିଶେଷତଃ ପର୍ବପର୍ବାଣୀ, ଓଷାବ୍ରତ ଓ ଯାନିଯାତ୍ରା ଗୁଡ଼ିକ ତିଥି, ବାର, ନକ୍ଷତ୍ର, କୃଷିକର୍ମ, ଦେବଦେବୀ, ଶାସ୍ତ୍ରୀୟ କାହାଣୀ, ଲୋକକଥା, ଆନନ୍ଦମହୋତ୍ସବ ପାଇଁ ପାଳିତ ହୋଇଥାଏ ଉତ୍କଳୀୟ ପର୍ବପର୍ବାଣୀ ଗୁଡ଼ିକୁ ଚାରୋଟି ମୁଖ୍ୟ ଭାଗରେ ବିଭକ୍ତ କରାଯାଇପରେ ଯଥା । ଶାସ୍ତ୍ରୀୟ, ଲୌକିକ, ଆଞ୍ଚଳିକ ଓ କୃଷି ଭିତ୍ତିକ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ମା ପରି କିଏ ହେବ, ୧୯୯୯ ମସିହାରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ବୀରକିଶୋର ମହାପାତ୍ର ଏବଂ ଲୁଲୁ ମହାପାତ୍ର । ରାମଚନ୍ଦ୍ର ବେହେରା ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ । ସୁବୋଧ ପଟ୍ଟନାୟକ ଏହି କଥାଚିତ୍ରଟିର ସଂଳାପ ଏବଂ ଚିତ୍ରନାଟ୍ୟ ରଚନା କରିଥିଲେ । ଶିଶିର ମୋହନ ସାହୁ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଗର୍ଭାବସ୍ଥା, (ଅନ୍ୟ ନାମ ପ୍ରେଗନାନ୍ସି ବା ଗ୍ରାଭିଡିଟି ବା ଜେସ୍ଟାସନ, ଇଂରାଜୀରେ ଯଥାକ୍ରମେ Pregnancy or gravidity or gestation) ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଅପତ୍ୟ (offspring) ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ଆହେ ଦୟାମୟ ବିଶ୍ଵ ବିହାରୀ ଓଡ଼ିଆ ଭାଷାର ଏକ ପାର୍ଥନା । ଏହା ଓଡ଼ିଆ ଶିକ୍ଷକ ଓ କବି ରାମକୃଷ୍ଣ ନନ୍ଦଙ୍କ "ଝୁମୁକା" କବିତା ସଂକଳନରୁ ଆନୀତ । ଏହି ପାର୍ଥନାଟି ଗାନ୍ଧୀଙ୍କର ସାବରମତି ଆଶ୍ରମର ପ୍ରାର୍ଥନା ସଭାରେ ବୋଲାଯାଉଥିଲା। ପାରମ୍ପରିକ ଭାବେ ଏହି ଗୀତଟିକୁ ଓଡ଼ିଶୀ ସଙ୍ଗୀତର ଚକ୍ରକେଳି ବୃତ୍ତର ଛାନ୍ଦ ଭାବେ ଗାୟନ କରାଯାଏ । ଗୀତଟି ଓଡ଼ିଆ ଚଳଚ୍ଚିତ୍ର ବଳିଦାନରେ ମଧ୍ୟ ସ୍ଥାନ ପାଇଥିଲା ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ହେପାଟିକ ଏନସେଫାଲୋପାଥି ବା ଏଚଇ (ଇଂରାଜୀ ଭାଷାରେ Hepatic encephalopathy ବା HE) ଏକ ରୋଗ ଯେଉଁଥିରେ ଯକୃତ ଫେଲ (liver failure) ଯୋଗୁ ଚେତନା ସ୍ତର ପରିବର୍ତ୍ତିତ (altered level of consciousness) ହୋଇଥାଏ । ଏହା ଧୀରେ ବା ହଠାତ୍ ଆରମ୍ଭ ହୋଇପାରେ । ଅନ୍ୟାନ୍ୟ ଲକ୍ଷଣ ମଧ୍ୟରେ ପରିବର୍ତ୍ତିତ ଚେତନା ସ୍ତର (Altered level of consciousness), ପରିବର୍ତ୍ତିତ ଆବେଗ (mood), ପରିବର୍ତ୍ତିତ ବ୍ୟକ୍ତିତ୍ୱ (en:personality), ଚଳପ୍ରଚଳ ସମସ୍ୟା ଆଦି ଦେଖାଯାଏ । ରୋଗ ଆଗେଇ ଗଲେ କୋମା ହୋଇପାରେ ।
କ୍ରିଏଟିଭ କମନ୍ସ(ସିସି) ଏକ ଆମେରିକୀୟ ଅଣଲାଭକାରୀ ସଂସ୍ଥା ଯାହା ରଚନାତ୍ମକ କାମକୁ ଆଇନଗତ ଭାବେ ବାଣ୍ଟିବା ଓ ବ୍ୟବହାର କରିବାରେ ସାହାୟତା କରେ। ଏହି ସଂସ୍ଥା କପିରାଇଟ ଲାଇସେନ୍ସ ରୂପରେ କ୍ରିଏଟିଭ କମନ୍ସ ଲାଇସେନ୍ସ ବା ସିସି ଲାଇସେନ୍ସ ପ୍ରକାଶିତ କରିଛି ଯାହା ନିଶୁଳ୍କ ଭାବେ ବ୍ୟବହାର କରିହେବ। ଏହି ଲାଇସେନ୍ସ ସ୍ରଷ୍ଠାକୁ କିଛି ଅଧିକାର ରଖିବାରେ ସାହାୟତା କରେ। ସହଜରେ ବ୍ୟବହାରକାରୀକୁ ଲାଇସେନ୍ସ ବିଷୟରେ ବୁଝେଇବା ପାଇଁ କିଛି ପ୍ରତୀକ ମଧ୍ୟ ବ୍ୟବହାର କରାଯାଏ। କ୍ରିଏଟିଭ କମନ୍ସ କପିରାଇଟର ଅନ୍ୟ ରୁପ ନୁହଁ କିନ୍ତୁ ତା ଉପରେ ଆଧାରିତ ଅଟେ।
ପଣ୍ଡା ହଂସ (ଈଂରାଜୀରେ Ruddy Shelduck ବା Tadorna Ferruginea, ହିନ୍ଦୀରେ चक्रवाक ବା सुरखाब) ଏନାଟିଡାଏ ପରିବାରର ଏକ ଜଳପକ୍ଷୀ । ଭାରତରେ ଏହି ପକ୍ଷୀକୁ Brahminy Duck (ବ୍ରାହ୍ମଣୀ ଡକ୍) ବୋଲି ମଧ୍ୟ କୁହାଯାଇଥାଏ । ଏହି ପକ୍ଷୀର ଦୈର୍ଘ୍ୟ ପ୍ରାୟ ୫୮-୭୦ ସେଣ୍ଟିମିଟର୍ । ଡେଣା ଖୋଲି ରଖିଲେ ଏହାର ପ୍ରସ୍ଥ ପ୍ରାୟ ୧୧୦-୧୩୫ ସେଣ୍ଟିମିଟର୍ ହୋଇଥାଏ । ଏହାର ଶରୀର କମଳା-ମାଟିଆ-ବାଦାମୀ ରଙ୍ଗର, ମୁଣ୍ଡଟି ଧଳା ମିଶା ଫିକା ମାଟିଆ ରଙ୍ଗର ଓ ଲାଞ୍ଜ-ପର ଇତ୍ୟାଦି କଳା ରଙ୍ଗର । ଡେଣାର ବାହୁରେ ଧଳା ରଙ୍ଗର ଛାପଟିଏ ଲୁଚି ରହିଥାଏ ଯାହା ଡେଣା ଖୋଲିଲେ ଦେଖାଯାଏ । ପଣ୍ଡା ହଂସ ଏକ ପ୍ରବାସୀ ପକ୍ଷୀ । ଏମାନେ କେନ୍ଦ୍ରୀୟ ଏସିଆ, ଦକ୍ଷିଣ-ପୂର୍ବ ୟୁରୋପ୍ ଓ ଉତ୍ତର ଆଫ୍ରିକାରେ ବାସ କରନ୍ତି, କିନ୍ତୁ ଶୀତ ଦିନରେ ଭାରତୀୟ ଉପମହାଦ୍ଵୀପକୁ ଚାଲି ଆସନ୍ତି । ପଣ୍ଡା ହଂସ ଉଚ୍ଚ ସ୍ଵରରେ “ହଂକ୍” ଆୱାଜ କରି ସତର୍କ ସୂଚନା ଦିଏ ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି । ଗଣିତଜ୍ଞମାନେ ତର୍କ ସାହାଯ୍ୟରେ ସମସ୍ୟା ସମାଧାନ କରିଥାନ୍ତି । ଗଣିତଜ୍ଞମାନେ ଅନେକ ସମୟରେ ଅପସାରଣ ପଦ୍ଧତି ଅବଲମ୍ବନ କରନ୍ତି । ଉପଲବ୍ଧ ସତ୍ୟର ବ୍ୟବହାର କରି ନୂତନ ସତ୍ୟ ଆବିଷ୍କାର କରିବାର ବିଶେଷ ଉପାୟ ହେଉଛି ଅପସାରଣ । ଜଣେ ଗଣିତଜ୍ଞ ପାଇଁ, ଗୋଟିଏ ସତ୍ୟ ଓ ତାହାର କାରଣର ସତ୍ୟତା ଉଭୟ ଜରୁରୀ । ଅପସାରଣ ପଦ୍ଧତି ଅନ୍ୟ ଚିନ୍ତା ଓ ଗାଣିତିକ ଚିନ୍ତା ମଧ୍ୟରେ ପାର୍ଥକ୍ୟ ସୃଷ୍ଟି କରେ । ଗଣିତଜ୍ଞମାନେ ବିଭିନ୍ନ ବିଷୟରେ ସମାନତା ଅନୁଧ୍ୟାନ କରି ନୂତନ ସୂତ୍ର ସ୍ଥାପନ କରନ୍ତି । ଗାଣିତିକ ପ୍ରମାଣଦ୍ୱାରା ସେଗୁଡ଼ିକର ସତ୍ୟାସତ୍ୟ ନିର୍ଣୟ କରାଯାଏ । ଗାଣିତିକ ସମସ୍ୟାର ସମାଧାନ ପାଇଁ ବର୍ଷବର୍ଷ ଏପରିକି ଶତାବ୍ଦୀ ମଧ୍ୟ ବିତିଯାଏ । ଉନବିଂଶ ଶତାବ୍ଦୀରେ ଗିସେପ୍ପେ ପିନୋ (୧୮୫୮-୧୯୩୨), ଡେଭିଡ୍ ହିଲ୍ବର୍ଟ୍ (୧୮୬୨-୧୯୪୩) ଆଦିଙ୍କ ଉଲ୍ଲେଖନୀୟ କାର୍ଯ୍ୟ ପରେ, ପୂର୍ବପ୍ରମାଣିତ ସୂତ୍ରଦ୍ୱାରା ନୂତନ ସୂତ୍ରପାତ କରିବା ପ୍ରଥା ପ୍ରଚଳିତ ହୋଇଛି । ବାସ୍ତବ ପରିସ୍ଥିତିର ସଠିକ ଗାଣିତିକ ସୂତ୍ର ନିରୂପଣ ହେଲା ପରେ, ଗାଣିତିକ ତର୍କଦ୍ୱାରା ତାହାର ପୂର୍ବାନୁମାନ କରାଯାଇପାରେ ।
ଅମୃତ ଫଳ ମନୋଜ ଦାସଙ୍କ ଲିଖିତ ଏକ ଉପନ୍ୟାସ । ଏହାର କଥାବସ୍ତୁ ଏକ ଐତିହାସିକ କାହାଣୀ ଉପରେ ଆଧାରିତ । ୧୯୯୬ ମସିହା ଜାନୁଆରୀ ମାସରେ ଏହା ପ୍ରଥମ କରି ପ୍ରକାଶିତ ହୋଇଥିଲା । ବିଦ୍ୟାପୁରୀ, ବାଲୁବଜାର, କଟକର ପିତାମ୍ବର ମିଶ୍ର ଏହି ପୁସ୍ତକଟିର ପ୍ରକାଶକ ଅଟନ୍ତି । କଟକରେ ଥିବା ଆଲାମଚାନ୍ଦବଜାରର ବିଦ୍ୟାଶ୍ରୀ ଡିଟିପି ସେଣ୍ଟରଦ୍ୱାରା ଏହାର ଲିପି ସଂଯୋଜନା କରାଯାଇଛି । ଭୁବନେଶ୍ୱରର ଚନ୍ଦକା ଇଣ୍ଡଷ୍ଟ୍ରିଆଲ୍ ଅଞ୍ଚଳରେ ଥିବା ବିଶ୍ୱନାଥ ଏଣ୍ଟରପ୍ରାଇଜେସ୍ଦ୍ୱାରା ଏହି ପୁସ୍ତକଟିକୁ ମୁଦ୍ରଣ କରାଯାଇଛି । ଅଦ୍ୟାବଧି ଏହାର ୧୪ଟି ମୁଦ୍ରଣ ପ୍ରକାଶ ପାଇସାରିଛି । ଚତୁର୍ଦ୍ଦଶ ପ୍ରକାଶନରେ ଏହାର ମୂଲ୍ୟ ୧୩୦ ଟଙ୍କା ରଖାଯାଇଛି । ୨୦୦୦ ମସିହାରେ ଏହି ଉପନ୍ୟାସଟି ପାଇଁ ମନୋଜ ଦାସଙ୍କୁ ସରସ୍ୱତୀ ସମ୍ମାନରେ ସମ୍ମାନିତ କରାଯାଇଛି ।
ସ୍ନିଗ୍ଧା ମହାନ୍ତି ଜଣେ ଜଣାଶୁଣା ଓଡ଼ିଆ କଥାଚିତ୍ର ଅଭିନେତ୍ରୀ । ସେ ଅନେକ ଓଡ଼ିଆ ଓ ବଙ୍ଗଳା ସିନେମାରେ କାମ କରିଛନ୍ତି । ୧୯୮୮ ଜାନୁଆରୀରେ ମୁକ୍ତିଲାଭ କରିଥିଲା ଚଳଚ୍ଚିତ୍ର ଲାଲ୍ପାନ ବିବି ନବାଗତା ଅଭିନେତ୍ରୀଭାବେ ମହାନ୍ତି ଅଭିନୟ ଆରମ୍ଭ କରିଥିଲେ । ସେ ନାୟିକା, ସହ-ନାୟିକା, ନକାରାତ୍ମକ ଭୂମିକାରେ ଏବଂ ଟେଲିଭିଜନ ଧାରାବାହିକମାନଙ୍କରେ ପ୍ରମୁଖ ଭୂମିକାରେ ମଧ୍ୟ ଅଭିନେତ୍ରୀ ଭାବେ ଅଭିନୟ କରିଛନ୍ତି । ସେ ପଚାଶରୁ ଅଧିକ ଚଳଚ୍ଚିତ୍ରରେ ଅଭିନୟ କରିସାରିଛନ୍ତି । ତରଙ୍ଗ ଟିଭିରେ ପ୍ରସାରିତ "ସ୍ୱାଭିମାନ" ଓ "ଅମ୍ବିକାଖୁଡ଼ୀଙ୍କ ହାଣ୍ଡିଶାଳ" ତାଙ୍କ ଅଭିନୀତ ଦୁଇଟି ଲୋକପ୍ରିୟ ଧାରାବାହିକ କାର୍ଯ୍ୟକ୍ରମ । ସେ ଭାରତୀୟ ଡାକ ବିଭାଗରେ କାର୍ଯ୍ୟ କରନ୍ତି ।
ବିନୋଦ ଚନ୍ଦ୍ର ନାୟକ(୨ ସେପ୍ଟେମ୍ବର ୧୯୧୯ - ୧୫ ନଭେମ୍ବର ୨୦୦୩ ) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ସାହିତ୍ୟିକ ଥିଲେ । ଗତାନୁଗତିକ ଧାରାରୁ ବାହାରି ଆଧୁନିକତା ସଙ୍ଗେ ରୋମାଣ୍ଟିକ ଚିନ୍ତାଧାରାର ସମ୍ମିଶ୍ରଣ ତାଙ୍କ କବିତାର ବିଶେଷତା ଥିଲା । କବିତା ସଂକଳନ ସରୀସୃପ ପାଇଁ ସେ ୧୯୭୦ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନିତ ହୋଇଥିଲେ । ତାଙ୍କ କବିତା ସାରା ଦେଶରେ ଆଦୃତ ହୋଇଛି ଓ ବହୁ ଭାଷାରେ ଅନୁବାଦିତ ହୋଇଛି । ତାଙ୍କର କୃତି ସମୂହ ଉପରେ ଅନେକ ବିଦ୍ୟାର୍ଥୀ ଉଚ୍ଚତର ଗବେଷଣା କରି ଡକ୍ଟରେଟ ଉପାଧି ପାଇଛନ୍ତି ।
ଦୟାନନ୍ଦ ସରସ୍ୱତୀ (ଖ୍ରୀ.ଅ ୧୮୨୪ - ୧୮୮୩) ଥିଲେ ଜଣେ ଲେଖକ, ସମାଜ ସଂସ୍କାରକ ଓ ଆର୍ଯ୍ୟ ସମାଜର ସଂସ୍ଥାପକ । ଦୟାନନ୍ଦ ସଂସ୍କୃତ ଓ ହିନ୍ଦୀ ଭାଷାରେ ପ୍ରଭାବଶାଳୀ ବକ୍ତା ଭାବେ ପରିଚିତ । ସେ କହୁଥିଲେ ମୃତ ବ୍ୟକ୍ତିକୁ ଶ୍ରାଦ୍ଧ ତର୍ପଣ ନଦେଇ ଜୀବିତ ପିତାମାତା ଓ ବୃଦ୍ଧ ବ୍ୟକ୍ତିକୁ ସେବା କରିବା ହେଲା ପିତୃଯଜ୍ଞ । ଫଳିତ ଜ୍ୟୋତିଷ, ସାମୁଦ୍ରିକ ବିଦ୍ୟା, ହସ୍ତରେଖା ଆଦି ଅଯଥାର୍ଥ ଓ ଅନାବଶ୍ୟକ କାମ । ଲୈାକିକ ବ୍ୟବହାରରେ ସାଧୁତା, ଯଥାର୍ଥ କର୍ମସାଧନା, କର୍ତ୍ତବ୍ୟ ପ୍ରତି ନିଷ୍ଠା ବଳରେ ପ୍ରାଣୀ ଫଳପ୍ରାପ୍ତ ହୁଅନ୍ତି ପ୍ରତିମା ପୂଜାଦେଇ ନୁହେଁ । ତାଙ୍କର ଉପଲବ୍ଧ ସତ୍ୟକୁ ପ୍ରତିପାଦିତ କରିବାକୁ ଯାଇ ସେ ଅପୌତ୍ତଳିକତା ଓ ନିଚ୍ଛକ ବୈଦିକ ସତ୍ୟର ଆଲୋଚନା ପାଇଁ ଆର୍ଯ୍ୟ ସମାଜ ସ୍ଥାପନ କରିଥିଲେ । ଆର୍ଯ୍ୟ ସମାଜ ଜରିଆରେ ଶିକ୍ଷାର ପ୍ରସାର କରାଇ ନାରୀକୁ ପୁରୁଷ ସହ ସମାନ ଅଧିକାର ଦେବାର ଯୁକ୍ତି ସେ ଦର୍ଶାଇଥିଲେ ।
ଭାରତର ସଂସ୍କୃତି ବହୁ ଜିନିଷକୁ ମିଶାଇକରି ତିଆରି ହୋଇଛି , ଯେଉଁଥିରେ ଭାରତର ଲମ୍ବା ଇତିହାସ , ବିଲକ୍ଷଣ ଭୂଗୋଳ ଏବଂ ସିନ୍ଧୁ-ଘାଟୀର ସଭ୍ୟତାର ଦୌରାନ ତିଆରି ହୋଇଥିଲା ଏବଂ ଆଗକୁ ଚାଲି ବୈଦିକ ରୀତିରେ ବିକଶିତ ହୋଇଥିଲା , ବୌଦ୍ଧ ଧର୍ମ ,ସ୍ଵର୍ଣ୍ଣ ଯୁଗର ଆରମ୍ଭ ଏବଂ ତାହାର ଅସ୍ତଗମନ ସହିତ ଆମର ନିଜ ପ୍ରାଚୀନ ବିରାସତ ମଧ୍ୟ ସାମିଲ ହୋଇଛି । ଏହା ସହିତ ପଡୋଶୀ ଦେଶର ରିବାଜ , ପରମ୍ପରା ଏବଂ ବିଚାରର ମଧ୍ୟ ଏଥିରେ ସମାବେଶ ହୋଇଛି । ପାଞ୍ଚ ସହସ୍ତ୍ରାଦ୍ବିୟ ପୂର୍ବରୁ ଅଧିକ ସମୟରେ ଭାରତର ରୀତି-ରିବାଜ , ଭାଷା , ପ୍ରଥା ଏବଂ ପରମ୍ପରା ଏହାର ଉଭୟରେ ପରସ୍ପର ସମ୍ବନ୍ଧରେ ମହଣ ବିବିଧତାର ଏକ ଅଦ୍ଵିତୀୟ ଉଦାହରଣ ଦେଇଥାଏ । ଭାରତ ବହୁ ଧାର୍ମିକ ପ୍ରଣାଳୀ (religious systems), ଯେପରି ହିନ୍ଦୁ ଧର୍ମ , ଜୈନ ଧର୍ମ , ବୌଦ୍ଧ ଧର୍ମ ଏବଂ ଶିଖ ଧର୍ମ ପରି ଧର୍ମ ମାନଙ୍କର ଜଣକ ଅଟେ । ଏହି ମିଶ୍ରଣରେ ଭାରତରେ ଉତ୍ପନ୍ନ ହେଉଥିବା ବିଭିନ୍ନ ଧର୍ମ ଏବଂ ପରମ୍ପରା (traditions) ବିଶ୍ୱର ଅଲଗା-ଅଲଗା ଅଂଶକୁ ମଧ୍ୟ ବହୁ ପ୍ରଭାବିତ କରିପାରିଛି ।
ଖଡ଼ିଆଳ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ଖଡ଼ିଆଳ (କ୍ରମିକ ସଂଖ୍ୟା: ୭୨) ନୂଆପଡ଼ା ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ଖଡ଼ିଆଳ (ବି), ଖଡ଼ିଆଳ ବ୍ଳକ, ବୋଡ଼େନ ବ୍ଳକ ଓ ସିନାପାଲି ବ୍ଳକ ।