ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା]
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଲଲିତଗିରି (ନଳିତଗିରି ନାମରେ ମଧ୍ୟ ଜଣା) ଓଡ଼ିଶାର କେତେକ ମୁଖ୍ୟ ଓ ପୁରାତନ ବୌଦ୍ଧ ସ୍ତୂପ ଓ ବିହାରର ସମାହାର । ଏହା ଓଡ଼ିଶାର ରତ୍ନଗିରି ଭଳି ଏକ ପୁରାତନ କୀର୍ତ୍ତିରାଜି । ଲଳିତଗିରି, ଉଦୟଗିରି ଓ ରତ୍ନଗିରି ପୁରାତନ ପୁଷ୍ପଗିରି ବିଶ୍ଵବିଦ୍ୟାଳୟର ଏକ ଅଂଶ । ପୁରାତନ ଅନୁଶାସନ ଅନୁସାରେ ଏହାର ଐତିହାସିକ ନାମ ମାଧବପୁର ମହାବିହାର ଥିଲା । ଗୌତମ ବୁଦ୍ଧଙ୍କ ଅସ୍ଥି-ସମ୍ବଳିତ ଏକ ପୁରାତନ ଆଧାର ରଖାଯାଇ ଏକ ସଂଗ୍ରହାଳୟ ଏଠାରେ ନିର୍ମାଣ କରାଯାଇଅଛି । ତାହା ସହ ବାକି ଅନେକ ପ୍ରତ୍ନତତ୍ତ୍ଵିକ ବସ୍ତୁ ମଧ୍ୟ ଏଠାରେ ଜନସାଧାରଣଙ୍କ ଦର୍ଶନ ନିମନ୍ତେ ରଖାଯାଇଅଛି । ୧୯୮୫-୯୨ ଭିତରେ ଏହା ଏ.ଏସ.ଆଇ.
ଫିଫା ବିଶ୍ଵକପ (ଈଂରାଜୀରେ FIFA World Cup) ହେଉଛି ଅନ୍ତର୍ଜାତୀୟ ଫୁଟବଲ୍ ସଂଘ ଦ୍ଵାରା ଆୟୋଜିତ ଏକ ଫୁଟବଲ୍ ପ୍ରତିଯୋଗିତା । ଲୋକେ ଏହାକୁ ଫୁଟବଲ୍ ବିଶ୍ଵକପ ବୋଲି ମଧ୍ୟ କହିଥାନ୍ତି । ଏଥିରେ ବିଶ୍ଵର ଫୁଟବଲ୍ ପରିଚାଳକ ସଂସ୍ଥା ଫିଫା (Fédération Internationale de Football Association - FIFA)ର ସଦସ୍ୟ ରାଷ୍ଟ୍ରମାନେ ଅଂଶ ଗ୍ରହଣ କରିଥାନ୍ତି । ୧୯୩୦ ମସିହାରେ ପ୍ରଥମ ଥର ପାଇଁ ଆରମ୍ଭ ହୋଇଥିବା ଏହି ପ୍ରତିଯୋଗିତା ପ୍ରତି ୪ ବର୍ଷରେ ଥରେ ଅନୁଷ୍ଠିତ ହୋଇଥାଏ । ୧୯୪୨ ଓ ୧୯୪୬ ମସିହାରେ ଦ୍ଵିତୀୟ ବିଶ୍ଵଯୁଦ୍ଧ ଚାଲିଥିବା ଯୋଗୁଁ ଫୁଟବଲ୍ ବିଶ୍ଵକପ ଆୟୋଜିତ ହୋଇନଥିଲା । ସଦ୍ୟ ସମାପ୍ତ ହୋଇଥିବା ୨୦୧୪ ମସିହାରେ ବ୍ରାଜିଲ୍ଠାରେ ଅନୁଷ୍ଠିତ ବିଶ୍ଵକପ ପ୍ରତିଯୋଗିତାରେ ଜର୍ମାନୀ ବିଶ୍ଵବିଜେତା ଦଳ ହେବାର ଗୌରବ ଲାଭ କରିଥିଲା ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ଵାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
କମ୍ପ୍ୟୁଟରରେ ଯେଉଁ କି-ବୋର୍ଡ଼ ବ୍ୟବହାର ହୁଏ ତାହା ଦେଖିବାକୁ ପୁରା ଟାଇପ ରାଇଟରର କି-ବୋର୍ଡ଼ ଭଳି । କି-ବୋର୍ଡ଼କୁ ଓଡ଼ିଆରେ କୁଞ୍ଚିପଟା କୁହାଯାଇଥାଏ । ଏହାକୁ ସାଧାରଣତଃ "କ୍ଵେରଟି"(QWERTY) କି-ବୋର୍ଡ଼ କୁହାଯାଏ କାରଣ ଏହାର ଅକ୍ଷର କୁଞ୍ଚି ଗୁଡ଼ିକ ଇଂରାଜୀ ଅକ୍ଷର Q,W,E,R,T,Yରୁ ଆରମ୍ଭ ହଉଛି । କି-ବୋର୍ଡ଼ ଅନେକ ଗୁଡ଼ିଏ "କି"(Key) ବା କୁଞ୍ଚିର ସମାହାର । ଏହା କମ୍ପ୍ୟୁଟରକୁ ଯାନ୍ତ୍ରୀକ ଯକୃତ(Mechanical Lever) ଭାବେ ବୈଦ୍ୟୁତିକ ସୁଇଚ (Electronic Switch)ଦ୍ଵାରା ପରିକଳିତ କରେ । ଏହା ମୋଟ ଉପରେ କମ୍ପ୍ୟୁଟର ପାଇଁ ଏକ ନିବେଶକାରୀ (Input) ଉପକରଣ ଅଟେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ଵାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ଗର୍ଭାବସ୍ଥା, (ଅନ୍ୟ ନାମ ପ୍ରେଗନାନ୍ସି ବା ଗ୍ରାଭିଡିଟି ବା ଜେସ୍ଟାସନ, ଇଂରାଜୀରେ ଯଥାକ୍ରମେ Pregnancy or gravidity or gestation) ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଅପତ୍ୟ (offspring) ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଜ୍ୟେଷ୍ଠ ମାସ ଶୁକ୍ଳ ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ପ୍ରାତଃକାଳୀନ ପୂଜା ସମାପ୍ତ ହେବା ପରେ ଦକ୍ଷିଣ ଘରୁ ଶ୍ରୀକୃଷ୍ଣଙ୍କ ପ୍ରତିମା ଆଣି ଶ୍ରୀଜଗନ୍ନାଥଙ୍କ ପାଖରେ ରଖି ଆଜ୍ଞା ମାଗି ନନ୍ଦିଘୋଷରେ ସ୍ଥାପନ କରାଯାଏ । ଯିଏ ରୁକ୍ମିଣୀ ସେ ହିଁ ଲକ୍ଷ୍ମୀ ଅଟନ୍ତି । ସେ ସର୍ବଦା କୃଷ୍ଣଙ୍କ ହୃଦୟରେ ଅଧିଷ୍ଠିତା ହୋଇରହିଛନ୍ତି।ତେଣୁ ଏହି ଭାବନାରେ ବର୍ତ୍ତମାନ ମନୁଷ୍ୟ ବିଗ୍ରହ ଧାରଣ କରି କୃଷ୍ଣ ରୂପରେ ଜାତ ହୋଇଥିବାରୁ ଲକ୍ଷ୍ମୀ ରୁକ୍ମିଣୀ ରୂପରେ ଶ୍ରୀକୃଷ୍ଣଙ୍କ ପ୍ରାଣପ୍ରିୟା ପତ୍ନୀ ରୂପରେ ଜାତ ହୋଇଛନ୍ତି । ଶ୍ରୀମନ୍ଦିରରେ ପବିତ୍ର ଜ୍ୟେଷ୍ଠ ରୁକ୍ମିଣୀ ହରଣ ଏକାଦଶୀ ତିଥିରେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ମଦନମୋହନ ଓ ରୁକ୍ମିଣୀ (ଶ୍ରୀଦେବୀ)ଙ୍କ ବିବାହ ଉତ୍ସବ ପାରମ୍ପାରିକ ରୀତିନୀତିରେ ଅନୁଷ୍ଠିତ ହୋଇଥାଏ । ରୁକ୍ମିଣୀଙ୍କୁ ମହାଲକ୍ଷ୍ମୀଙ୍କ ଅବତାର ବୋଲି କୁହାଯାଏ।ଦ୍ଵାରକାର ନୃପତି ପ୍ରଭୁ ଶ୍ରୀକୃଷ୍ଣଙ୍କର ଷୋଳ ସହସ୍ର ଏକ ଶହ ରାଣୀଙ୍କ ସହିତ ରୁକ୍ମିଣୀ ଓ ସତ୍ୟଭାମା ଆଦି ଅଧିକା ଆଠ ପାଟରାଣୀ ଥିଲେ।ଦିବ୍ୟ ସୁନ୍ଦରୀ, ଗୁଣବତୀ ଓ ପବିତ୍ରତାର ପ୍ରତୀକ ଦେବୀ ରୁକ୍ମିଣୀ ଶ୍ରୀକୃଷ୍ଣଙ୍କ ରୂପ, ଗୁଣରେ ଆକୃଷ୍ଟ ହୋଇ ତାଙ୍କୁ ବିବାହ ପାଇଁ ଅଭିଳାଷ ରଖିଥିଲେ।ଶ୍ରୀକୃଷ୍ଣ ମଧ୍ୟ ଦେବୀ ରୁକ୍ମିଣୀଙ୍କ ପ୍ରତି ଆସକ୍ତ ଥିଲେ । ଏହି ତିଥିରେ ସକାଳ ଧୂପ ସମୟରେ ଦକ୍ଷିଣ ଘରେ ମଦନମୋହନଙ୍କ ବେଶ ଆରମ୍ଭ ହୁଏ । ପୂଜାପଣ୍ଡା ସେବକମାନେ ସକାଳ ଧୂପ ଶେଷ ହୋଇ ପାଣି ପଡ଼ିବା ପରେ ଶ୍ରୀଜଗନ୍ନାଥଙ୍କ ଶ୍ରୀଅଙ୍ଗରୁ ଆଜ୍ଞାମାଳ ନେଇ ଶ୍ରୀଦେବୀଙ୍କୁ ପ୍ରଦାନ କରନ୍ତି । ଏହାପରେ ମହାଜନ ସେବକ ଶ୍ରୀଦେବୀଙ୍କୁ ହସ୍ତରେ ନେଇ ସାତ ପାହାଞ୍ଚ ନିକଟରେ ଥିବା ସୁସଜ୍ଜିତ ପାଲିଙ୍କିରେ ବିଜେ କରାନ୍ତି।ପାଲିଙ୍କିକୁ କାନ୍ଧରେ ନେଇ ବିମାନବଡୁ ସେବକମାନେ ମହାଲକ୍ଷ୍ମୀଙ୍କ ମନ୍ଦିର ନିକଟରେ ରଖନ୍ତି।ସେଠାରୁ ଶ୍ରୀଦେବୀଙ୍କୁ ସେବକମାନେ ହାତରେ ବିଜେ କରାଇ ମହାଲକ୍ଷ୍ମୀଙ୍କ ମନ୍ଦିରର ଜଗମୋହନରେ ପଡ଼ିଥିବା ଖଟ ଶେଯ ଉପରେ ବିଜେ କରାନ୍ତି । ଭଣ୍ଡାର ମେକାପ ଦେଇଥିବା ଅଳଙ୍କାର ଶ୍ରୀଦେବୀଙ୍କୁ ଅଳଙ୍କୃତ କରାଇବା ପୂର୍ବରୁ ତାଙ୍କୁ ପଞ୍ଚାମୃତରେ ମହାସ୍ନାନ, ମାଜଣା ଓ ବନଲାଗି କରାଯାଇଥାଏ।ଅଳଂକାର ଅଳଙ୍କୃତ ହେବା ପରେ ମହାଲକ୍ଷ୍ମୀଙ୍କ ବିଶ୍ୱସ୍ତ ତଢାଉ କରଣ ତାଳପତ୍ର ଓ ଲେଖନୀ ନେଇ ସେଠାରେ ପହଞ୍ଚନ୍ତି । ଭିତରଛ ମହାପାତ୍ର ଉକ୍ତ ତାଳପତ୍ର ଓ ଲେଖନୀକୁ ଶ୍ରୀଦେବୀଙ୍କ ଶ୍ରୀହସ୍ତ ସ୍ପର୍ଶ କରାଇ ତଢାଉ କରଣ ସେବକଙ୍କୁ ଦିଅନ୍ତି।ସେ ରୁକ୍ମିଣୀଙ୍କ ମନୋଭାବ ତାଳପତ୍ରରେ ଲେଖି ମହାପ୍ରଭୁଙ୍କ ନିକଟକୁ ପଠାଇଥାନ୍ତି । ଦକ୍ଷିଣ ଘରେ ମହାପ୍ରଭୁ ମଦନମୋହନଙ୍କ ବେଶ ଶେଷ ହେବା ପରେ ରତ୍ନସିଂହାସକୁ ବିଜେ କରନ୍ତି । ଏହାପରେ ଭିତରେ ଆଲଟ ଲାଗି ହୋଇ ଦ୍ୱାର ବନ୍ଦ ରହେ।ଭିତରଛ ମହାପାତ୍ର ତାଳପତ୍ରରେ ଲେଖାଥିବା ଚିଟାଉଟା ନେଇ ଚନ୍ଦନରେ ଶ୍ରୀଦେବୀଙ୍କ (ରୁକ୍ମିଣୀ) ଶ୍ରୀହସ୍ତ ମୁଦ୍ କରାନ୍ତି । ତାହାପରେ ଜଣେ ସେବକ ଵିପ୍ରବ୍ରାହ୍ମଣ ରୂପେ ଚିଟାଉ ନେଇ ଘଣ୍ଟ, ଛତା ଓ କାହାଳୀ ସହ ଜୟ ବିଜୟ ଦ୍ୱାରଠାରେ ଅପେକ୍ଷା କରିଥିବା ମଦନମୋହନଙ୍କ ନିକଟରେ ପହଞ୍ଚିବା ପରେ ପୁରାଣ ପଣ୍ଡା, ପୂଜା ପଣ୍ଡା ଓ ପାଳିଆ ଖୁଣ୍ଟିଆ ସେବାୟତମାନଙ୍କ ଉପସ୍ଥିତିରେ ବଚନିକାମନ ହୋଇଥାଏ । ପୁରାଣ ଅନୁସାରେ ବିଦର୍ଭର ରାଜକନ୍ୟା ରୁକ୍ମିଣୀ ଦ୍ଵାରକାର ନୃପତି ଶ୍ରୀକୃଷ୍ଣଙ୍କୁ ବିବାହ କରିବାକୁ ପିତାଙ୍କୁ ଜଣାଇଲେ।ପିତା ଭୀଷ୍ମକ ରାଜି ଥିଲେ ହେଲେ ପୁତ୍ର ରୁକ୍ମୀ ବିରୋଧ କଲେ।ରୁକ୍ମୀ ମଗଧର ପରାକ୍ରମୀ ରାଜା ଜରାସନ୍ଧଙ୍କ ପ୍ରସ୍ତାବ ଅନୁସାରେ ଜରାସନ୍ଧଙ୍କ ବଂଶୀୟ ଚେଦିରାଜା ଦମଘୋଷଙ୍କ ପୁତ୍ର ବନ୍ଧୁ ଶିଶୁପାଳଙ୍କ ସହିତ ଭଗ୍ନୀ ରୁକ୍ମିଣୀଙ୍କୁ ବିବାହ ଦେବାକୁ ସ୍ଥିର କଲେ।ଶିଶୁପାଳ ଆସିବା ସୂଚନା ପାଇ ରୁକ୍ମିଣୀ ବିପ୍ର ବ୍ରାହ୍ମଣ ହସ୍ତରେ ଉକ୍ତ ଚିଟାଉ ପଠାଇ ଶ୍ରୀକୃଷ୍ଣ ଗୋପନରେ ତାଙ୍କୁ ନେବା ପାଇଁ ନିବେଦନ କଲେ।ପ୍ରଭୁ ମଦନମୋହନ ସାତ ପାହାଚଠାରେ ରଥରେ ବିଜେ ହୁଅନ୍ତି । ରଥକୁ ବିମାନବଡୁମାନେ କୁର୍ମବେଢ଼ାସ୍ଥିତ ବିମଳା ଠାକୁରାଣୀଙ୍କ ମନ୍ଦିର ନିକଟରେ ରଖନ୍ତି । ଶ୍ରୀଦେବୀ ପାଲିଙ୍କିରେ ବିଜେ ହୋଇ ମହାଲକ୍ଷ୍ମୀ ମନ୍ଦିରରୁ ମାହାରୀଙ୍କୁ(ଦାସୀଙ୍କୁ) ସାଙ୍ଗରେ ନେଇ ଗ୍ରାମ ଦେବତୀ ପୂଜା କରିବାକୁ କୁର୍ମବେଢ଼ାସ୍ଥିତ ବିମଳା ମା'ଙ୍କ ମନ୍ଦିରରେ ଆସନ୍ତି।ସେଠାରେ ପର୍ବଯାତ୍ରା ଯୋଗଣିଆ ସେବକ ଯୋଗାଇଥିବା ସାମଗ୍ରୀମାନ ବିମଳାଙ୍କ ଶ୍ରୀଅଙ୍ଗରେ ସ୍ପର୍ଶ ହୋଇ ଭିତରଛ ମହାପାତ୍ର ବିମଳାଙ୍କୁ ଗ୍ରାମଦେବତୀ ଭାବରେ ପୂଜାର୍ଚ୍ଚନା, ମହାସ୍ନାନ, ମାଜଣା ଓ ପ୍ରସାଦ ଲାଗି କରନ୍ତି।ଗ୍ରାମଦେବତୀ(ବିମଳା)ଙ୍କ ପୂଜା ଶେଷ ହେବା ପରେ ବିମଳାଙ୍କ ଶ୍ରୀଅଙ୍ଗରୁ ଆଜ୍ଞାମାଳ ଶ୍ରୀଦେବୀ (ରୁକ୍ମିଣୀ)ଙ୍କୁ ଦିଆଯାଇଥାଏ।ଶ୍ରୀଦେବୀ(ରୁକ୍ମିଣୀ) ବିମଳାଙ୍କ ପୂଜାର୍ଚ୍ଚନା ସାରି ବାହାରକୁ ଫେରିବା ବାଟରେ ସେଠାରେ ଆଗରୁ ମଦନମୋହନ(ଶ୍ରୀକୃଷ୍ଣ) ଲୁଚି ରହିଥାନ୍ତି ଓ ସେ ଶ୍ରୀଦେବୀ (ରୁକ୍ମିଣୀ)ଙ୍କୁ ହରଣ କରନ୍ତି।ଭାଇ ରୁକ୍ମୀ ବାଧା ଦେବାରୁ ଶ୍ରୀକୃଷ୍ଣ ଯୁଦ୍ଧ କରିବାଦ୍ୱାରା ଶରାଘାତରେ ରୁକ୍ମୀଙ୍କୁ ମୁର୍ଚ୍ଛିତ ହୁଅନ୍ତି । ଭଉଣୀ ରୁକ୍ମିଣୀଙ୍କ ଅନୁରୋଧରେ କୃଷ୍ଣ ରୁକ୍ମୀଙ୍କୁ ଵଧ କଲେ ନାହିଁ।ରୁକ୍ମିଣୀ ମଦନମୋହନଙ୍କ ସହ ରଥରେ ଆସୁଥିବା ସମୟରେ ସରସ୍ବତୀଙ୍କ ମନ୍ଦିର ଆଗରେ ଶିଶୁପାଳ ବାଧା ଦେବାରୁ ଯୁଦ୍ଧରେ ଶ୍ରୀକୃଷ୍ଣ ତାଙ୍କୁ ପରାସ୍ତ କଲେ ଓ ପରେ ତାଙ୍କୁ ରଥରେ ବାନ୍ଧି ଦେଲେ।ଦକ୍ଷିଣ ଘରୁ ବଡ଼ଭାଇ ଶ୍ରୀବଳଭଦ୍ର(ଶ୍ରୀ ବଳରାମ) ଯୁଦ୍ଧକୁ ରଥରେ ବିଜେ ହୋଇ ଆସିଲେ।ହେଲେ ଭଗ୍ଣୀ ରୁକ୍ମିଣୀଙ୍କ ଅନୁରୋଧ ରକ୍ଷା କରି ଭାଇ ଶିଶୁପାଳକୁ ବଳଭଦ୍ର ବନ୍ଧନରୁ ମୁକ୍ତ କରି ଦକ୍ଷିଣ ଘରକୁ ଫେରିଆସନ୍ତି।ଏହାପରେ ରୁକ୍ମିଣୀ ଓ ଶ୍ରୀକୃଷ୍ଣଙ୍କୁ ପନ୍ତିଭୋଗ କରାଯାଇ ବିବାହ ମଣ୍ଡପରେ ବିଜେ ପୂଜକ ଶ୍ରୀଜୀଉମାନଙ୍କୁ ଚନ୍ଦନ ଲାଗି କରାଯାଇଥାଏ । ଶ୍ରୀ କୃଷ୍ଣ ମାଧବପୁରଠାରେ ପ୍ରଥମ ପାଟରାଣୀ ରୁକ୍ମିଣୀଙ୍କୁ ବିବାହ କରିଥିବା କଥା କୁହାଯାଏ।ଏହି ବିବାହ ସ୍ମୃତିରେ ମାଧବପୁରଠାରେ ଏକ ମନ୍ଦିର ନିର୍ମାଣ ହୋଇ ପ୍ରତିବର୍ଷ ଏଠି ସାଂସ୍କୃତିକ ଉତ୍ସବ ଅନୁଷ୍ଠିତ ହେଉଛି । ଭିତରେ ପାଣିପଡ଼ି ଶ୍ରୀମନ୍ଦିରେ ଚତୁର୍ଦ୍ଧାମୂର୍ତ୍ତିଙ୍କର ଯାତଭୋଗ ହୁଏ।ଏହିଦିନ ଶ୍ରୀମନ୍ଦିରରେ ରୁକ୍ମିଣୀ ବିବାହ ଉତ୍ସବ ଅନୁଷ୍ଠିତ ହେଉଥିବାରୁ ଶ୍ରୀମଦନମୋହନ ଓ ଶ୍ରୀଦେବୀ ଜଳକ୍ରୀଡ଼ା ଉତ୍ସବକୁ ବିଜେ ନ ହୋଇ କେବଳ ଶ୍ରୀଦୋଳଗୋବିନ୍ଦ ବିଜେ ହୁଅନ୍ତି।ଜଳକ୍ରୀଡ଼ା ଶେଷ ହୋଇଗଲା ପରେ ଶ୍ରୀମନ୍ଦିରେ ମଧ୍ୟାହ୍ନ ଧୂପ ଓ ସନ୍ଧ୍ୟା ଆଳତି ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଶ୍ରୀମଦନମୋହନ ଓ ଶ୍ରୀଦେବୀଙ୍କ ଅର୍ଥାତ୍ ଶ୍ରୀକୃଷ୍ଣ ଓ ରୁକ୍ମିଣୀଙ୍କ ଶ୍ରୀମନ୍ଦିର ବିବାହ ମଣ୍ଡପ(ମାଜଣା ମଣ୍ଡପ) ଖଟକୁ ବିଜେ ହୋଇ ବିବାହ ଉତ୍ସବ ଅନୁଷ୍ଠିତ ହୋଇଥାଏ।ସନ୍ଧ୍ୟା ଧୂପ ପୂଜା ସମୟରେ ଶ୍ରୀମନ୍ଦିରର ଏହି ବିବାହ ମଣ୍ଡପରେ ବିବାହ ଉତ୍ସବ ଆରମ୍ଭ ହୋଇଥାଏ।ବନ୍ଦାପନା ଓ ଚାମର ଆଲଟ କରାଯିବା ପରେ ପ୍ରଭୁ ଓ ଦେବୀଙ୍କୁ ମହାସ୍ନାନ କରାଯାଇଥାଏ।ଏବଂ ଏହାପରେ ନୂଆ ଲୁଗା ଲାଗି କରାଯାଇ ସର୍ବାଙ୍ଗ ଚନ୍ଦନ ଲାଗି କରାଯାଏ।ପତି ମହାପାତ୍ର, ପୂଜା ପଣ୍ଡା, ମୁଦିରସ୍ତ ଓ ଭିତରଛ ମହାପାତ୍ର ସେବାୟତମାନେ ବିବାହ ସାମଗ୍ରୀମାନ ଗ୍ରହଣ କରି ସଂକଳ୍ପ ବାକ୍ୟ ଅନୁସାରେ ବିବାହ କାର୍ଯ୍ୟ ସମ୍ପନ୍ନ କରିଥାନ୍ତି।ବିବାହ କାର୍ଯ୍ୟ ଶେଷ କରାଗଲା ପରେ ବିବାହ ମଣ୍ଡପରେ । ବନ୍ଦାପନା କରାଯାଇ ନବଦମ୍ପତି ଉଭୟଙ୍କୁ ଭିତରକୁ ରତ୍ନ ସିଂହାସନକୁ ବିଜେ କରାଯାଏ।ଏହା ପରେ ଶ୍ରୀମନ୍ଦିରରେ ଅନ୍ୟାନ୍ୟ ନୀତି ପାଳିତ ହୋଇଥାଏ।ଦେଉଳ ପରିସରରେ ବଦାନ୍ୟ ବ୍ୟକ୍ତିମାନଙ୍କଦ୍ୱାରା ଭକ୍ତମାନଙ୍କୁ ମହାପ୍ରସାଦ ସେବନ କରାଯାଇଥାଏ । ଚମ୍ପକ ଦ୍ଵାଦଶୀ(ଜ୍ୟେଷ୍ଠ ଶୁକ୍ଳ ଦ୍ଵାଦଶୀ)ରେ ଶ୍ରୀମନ୍ଦିରରେ ଦେବଦମ୍ପତିଙ୍କ ଗୁଆଲି ଶୋଭାଯାତ୍ରା, ଛତିଶା ନିଯୋଗ ସେବାୟତମାନଙ୍କ ପକ୍ଷରୁ ଅନୁଷ୍ଠିତ କରାଯାଇଥାଏ।ଦେବଦମ୍ପତି ତଥା ପ୍ରଭୁ ମଦନମୋହନ ଓ ଦେବୀ ଶ୍ରୀଦେବୀ ନଗର ପରିକ୍ରମା ସହିତ ପନ୍ତି ଭୋଗ ଗ୍ରହଣ କରନ୍ତି।ଦେଉଳରେ ସକାଳ ଧୂପ ଓ ଭୋଗମଣ୍ଡପ ପରେ ଭିତରେ ଆଲଟ ଲାଗି କରାଯାଇ ମହାସ୍ନାନ କରାଯାଇଥାଏ।ଏହାପରେ ନୂଆ ଲୁଗା ଲାଗି ଓ ଚନ୍ଦନ ଲାଗି କରାଯାଇଥାଏ।ମଧ୍ୟାହ୍ନ ଧୂପ ପରେ ଦେବଦମ୍ପତିଙ୍କୁ ଭିତରକୁ ବିଜେ କରାଯାଏ ଓ ପରେ ବନ୍ଦାପନା ହୋଇ ଆଜ୍ଞାମାଳ ପ୍ରଦାନ କରାଯାଇଥାଏ।ଝୁଲଣ ମଣ୍ଡପ ତଳେ ଥିବା ପାଲିଙ୍କିରେ ପ୍ରଭୁ ମଦନମୋହନ ଓ ଶ୍ରୀଦେବୀ(ରୁକ୍ମିଣୀ)କୁ ବିଜେ କରାଯାଇଥାଏ।ଶୋଭାଯାତ୍ରାରେ ଶ୍ରୀମନ୍ଦିର ପ୍ରଦକ୍ଷଣ କରି ସିଂହଦ୍ୱାର ଦେଇ ବଡ଼ଦାଣ୍ଡରେ ଶ୍ରୀନଅରଠାରେ ଖଟକୁ ବିଜେ କରାଯାଇଥାଏ।ସେଠି ମହାସୁଆର ଦ୍ୱାର ପ୍ରସ୍ତୁତ ପିଠା ପଞ୍ଚୋପଚାରରେ ପୂଜା ଓ ମଣୋହି ହୋଇଥାଏ।ଗଜପତିଙ୍କ ପରିବାରର ନାରୀମାନେ ଶ୍ରୀନଅରଠାରେ ପ୍ରଭୁ ଓ ଦେବୀଙ୍କୁ ବନ୍ଦାପନା କରି ଭେଟି ପ୍ରଦାନ କରିଥାନ୍ତି।ଏହାପରେ ବରକନ୍ୟା ସେବକମାନଙ୍କଦ୍ୱାରା ନଗର ପରିକ୍ରମା କରିବା ସହିତ ପନ୍ତି ଭୋଗ ଗ୍ରହଣ କରନ୍ତି।ଦେବାଦେବୀଙ୍କ ଶୋଭାଯାତ୍ରା ଦେଉଳରୁ ବାହାରି ଶ୍ରୀନଅର, ବାଲିସାହି, ଜିୟରସ୍ୱାମୀ ମଠ, ବରାହୀ ଠାକୁରାଣୀ ମନ୍ଦିର, ହାଟମୁଣ୍ଡ ଓ ହରଚଣ୍ଡୀ ସହି ଦେଇ ଶ୍ରୀଜମ୍ବେଶ୍ଵରଙ୍କ ମନ୍ଦିରରେ ପହଞ୍ଚନ୍ତି।ସେଠାରେ ପଞ୍ଚୁଗ୍ରାସୀ ଭୋଗ ସହିତ ବନ୍ଦାପନା ମଧ୍ୟ ହୋଇଥାଏ।ସେଠାରୁ ଦେବାଦେବୀମାନେ ମଣିକର୍ଣ୍ଣିକା ସାହି ଓ ଗାଣ୍ଡୁଆ ଚୌରାସ୍ଥିତ ଶ୍ରୀକପାଳମୋଚନ ମନ୍ଦିର ସମ୍ମୁଖ ରାସ୍ତା ଦେଇ ଶ୍ରୀମନ୍ଦିରକୁ ବାହୁଡା ବିଜେ କରନ୍ତି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ଵଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ଵତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହାଦ୍ଵାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ଵ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।
ହରେକୃଷ୍ଣ ବେହେରା (୧୯୩୮-୨୪ ଜୁନ ୨୦୧୨) ଜଣେ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ପ୍ରଖ୍ୟାତ ଓଡ଼ିଶୀ ନୃତ୍ୟ ଗୁରୁ । ୧୯୩୮ ମସିହାରେ ବାଲେଶ୍ଵର ଜିଲ୍ଲାର ବୁଆଁଳଗ୍ରାମରେ ସେ ଜନ୍ମ ଗ୍ରହଣକରିଥିଲେ । ସେ ଗୁରୁ ରାମଚନ୍ଦ୍ରଦେବଙ୍କ ଠାରୁ ଓଡ଼ିଶୀ ନୃତ୍ୟ ଓ ଗୁରୁ ରାମହରି ମହାପାତ୍ରଙ୍କ ଠାରୁ ଓଡ଼ିଶୀ ସଙ୍ଗୀତ ଶିକ୍ଷାଲାଭ କରିଥିଲେ । ପୂର୍ବତନ ମୂଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ସହାୟତାରେ ସରକାରୀ ବୃତ୍ତି ଲାଭ କରିବା ସହିତ ସେ ଦିଲ୍ଲୀସ୍ଥିତ ନାଟ୍ୟ ବେଲେଟ କେନ୍ଦ୍ରରେ ଉଚ୍ଚ ଶିକ୍ଷାର ସୁଯୋଗ ପାଇଥିଲେ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଦେବସ୍ନାନ ପୂର୍ଣ୍ଣିମା ବା ସ୍ନାନଯାତ୍ରା, ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ପାଳନ କରାଯାଏ । ଏହି ଦିନ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ଵନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯାଏ । ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଇଥାଏ । ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ । ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ । ଏହା ରଥଯାତ୍ରା ଆଗରୁ ପାଳିତ ହେଉଥିବା ଏକ ପୂଜା ବିଧି ।
ଡର୍ମାଟୋଫାଇଟୋସିସ, ଓଡ଼ିଆ ଭାଷାରେ ଯାଦୁ (ଇଂରାଜୀ ଭାଷାରେ Dermatophytosis ବା tinea, କଥିତ ଇଂରାଜୀ ଭାଷାରେ ringworm) ରୋଗ ଏକ କବକ ବା ଫିମ୍ପି ସଂକ୍ରମଣ (fungal infection) ଯୋଗୁ ଚର୍ମରେ (skin) ହୋଇଥାଏ । ଏଥିରେ ସ୍ୱାଭାବିକ ଭାବରେ ଲାଲ, ଗଲୁକାରୀ, କାତି ସମ୍ପନ୍ନ ଗୋଲାକାର ରାସ ହୁଏ । ରୋଗ ହୋଇଥିବା ସ୍ଥାନରେ ବାଳ ଉପୁଡ଼ିଯାଏ । ସଂକ୍ରମିତ ହେବାର ୪ରୁ ୧୪ଦିନ ପରେ ଏହାର ଲକ୍ଷଣ ଦେଖାଯାଏ । ଦେହର ଏକାଧିକ ସ୍ଥାନରେ ଏହି ରୋଗ ହୋଇପାରେ ।ପ୍ରାୟ ୪୦ ପ୍ରକାର କବକ ଏହି ଯାଦୁ ରୋଗ ସୃଷ୍ଟି କରିପାରନ୍ତି । ଏଗୁଡ଼ିକ ସାଧାରଣତଃ ଟ୍ରାଇକୋଫାଇଟନ (Trichophyton), ମାଇକ୍ରୋସ୍ପୋରମ (Microsporum), ବା ଏପିଡର୍ମୋଫାଇଟନ (Epidermophyton) ଶ୍ରେଣୀର କବକ । ଜନ ସାଧାରଣ ବ୍ୟବହୃତ ସ୍ନାନାଗାରରେ ଗାଧୋଇଲେ, ଦେହ ସଂସ୍ପର୍ଷରେ ଆସୁଥିବା କ୍ରୀଡ଼ା ଯେପରିକି କୁସ୍ତିରେ ଭାଗ ନେଲେ, ଅତ୍ୟଧିକ ଝାଳ ବୋହିଲେ, ମୋଟାପଣ ଥିଲେ ଓ ଇମ୍ମ୍ୟୁନିଟି ଅଭାବ ଥିଲେ ଏହି ରୋଗ ସଙ୍କଟ ରହେ । ପଶୁଠାରୁ ଓ ମଣିଷ-ମଣିଷ ମଧ୍ୟରେ ଏ ରୋଗ ବ୍ୟାପେ । ଏହାର ବାହ୍ୟ ଆକୃତି ଓ ଲକ୍ଷଣ ଦେଖି ରୋଗ ନିର୍ଣ୍ଣୟ କରାଯାଏ । ରୋଗାକ୍ରାନ୍ତ ସ୍ଥାନରୁ ଚର୍ମ ସାମ୍ପଲ ନେଇ କଲଚର (culturing) କରି ବା ଅଣୁବୀକ୍ଷଣ ଯନ୍ତ୍ରରେ ଦେଖି ରୋଗ ନିର୍ଣ୍ଣୟ କରାଯାଏ ।ଚର୍ମ ଓଦା ନ ରଖିଲେ, ଖାଲି ପାଦରେ ନ ଚାଲିଲେ ଓ ଅନ୍ୟର ବ୍ୟକ୍ତିଗତ ପଦାର୍ଥ ବ୍ୟବହାରର ଭାଗୀଦାର ନ ହେଲେ ଏହି ରୋଗ ପ୍ରତିରୋଧ କରିହୁଏ । କ୍ଲୋଟ୍ରାଇମାଜୋଲ (clotrimazole) ବା ମିକୋନାଜୋଲ (miconazole) ଭଳି ଆଣ୍ଟିଫଙ୍ଗାଲ କ୍ରିମ (antifungal cream) ଲଗେଇ ଚିକିତ୍ସା କରାଯାଏ । ସ୍କାଲ୍ପ/ଖପୁରୀ ଆବରଣରେ ରୋଗ ହୋଇଥିଲେ ଫ୍ଲୁକୋନାଜୋଲ (fluconazole) ପାଟିରେ ଖାଇବାକୁ ଦିଆଯାଏ ।ଜନସଂଖ୍ୟାର ପ୍ରାୟ ୨୦% ଲୋକ ଏହି ଯାଦୁ ରୋଗରେ ଆକ୍ରାନ୍ତ ହୋଇପାରନ୍ତି । ପୁରୁଷମାନଙ୍କରେ ଜଙ୍ଘ ମୂଳରେ ସାଧାରଣତଃ ଅଧିକ ଦେଖାଯାଏ ଓ ପୁରୁଷ ତଥା ମହିଳାଙ୍କର ଦେହ ତଥା ଖପୁରୀ ଆବରଣରେ ଏ ରୋଗ ହୁଏ । ଖପୁରୀ ଆବରଣ ସଂକ୍ରମଣ ପିଲାଙ୍କର ଅଧିକ ହୁଏ ଓ ଜଙ୍ଘ ମୂଳ ସଂକ୍ରମଣ ସାଧାରଣତଃ ବୟସ୍କ ଲୋକଙ୍କର ଅଧିକ ହୁଏ । ଯାଦୁର ବର୍ଣ୍ଣନା ପୁରାତନ ଇତିହାସରେ (ancient history) ଦେଖିବାକୁ ମିଳେ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ସୋମବାର ହେଲା ସପ୍ତାହର ଏକ ଦିନ ଯାହା ରବିବାର ପରେ ଓ ମଙ୍ଗଳବାର ପୂର୍ବରୁ ଆସେ । ଏହାକୁ ସପ୍ତାହର ପ୍ରଥମ ଦିନ ଭାବେ ଗଣାଯାଏ ଓ କାର୍ଯ୍ୟାଳୟ ଗୁଡିକରେ ଏହି ଦିନ କାମ ଆରମ୍ଭ ହୁଏ । ସୁଖୀ ଦାମ୍ପତ୍ୟ ଜୀବନ ତଥା ସନ୍ତାନ ପ୍ରାପ୍ତି ପାଇଁ ଏହିଦିନ ଭଗବାନ ଶିବ ଓ ମା'ପାର୍ବତୀଙ୍କୁ ପୂଜା କରାଯାଏ । ଭଗବାନ ଶିବଙ୍କୁ ଧଳାଫୁଲ, ବେଲପତ୍ର ଚଢାଇବା ସହ ଶିବସ୍ତୋତ୍ର, ଶିବଚାଳିଶା, ରୁଦ୍ରାଷ୍ଟକ ମନ୍ତ୍ର ଜପ କରାଯାଏ । ଥଣ୍ଡାଜନିତ ବିଭିନ୍ନ ରୋଗରୁ ରକ୍ଷା ପାଇବା ପାଇଁ ସୋମବାର ଦିନ ଚନ୍ଦ୍ରଙ୍କ ବ୍ରତ ରଖାଯାଏ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ମଧୁମେହ (ଇଂରାଜୀରେ Diabetes mellitus, ସଂକ୍ଷେପରେ DM, ଡାଏବେଟିସ ନାମରେ ପରିଚିତ) ରୋଗ ମେଟାବୋଲିକ ରୋଗମାନଙ୍କ ଏକ ଦଳକୁ ନିର୍ଦ୍ଦେଶ କରାଏ ଯେଉଁଥିରେ ରକ୍ତଶର୍କରା ସ୍ତର ଉଚ୍ଚ ଥାଏ ଅନେକ ଦିନ ପର୍ଯ୍ୟନ୍ତ । ଉଚ୍ଚ ସ୍ତରର ରକ୍ତଶର୍କରା ଥିବାର ଲକ୍ଷଣମାନ: ପଲିୟୁରିଆ ବା ଘନ ଘନ ପରିସ୍ରା ହୁଏ, ପଲିଡିପ୍ସିଆ ବା ଅଧିକ ଶୋଷ ହୁଏ ଓ ପଲିଫେଜିଆ ବା ଅଧିକ ଭୋକ ହୁଏ । ଚିକିତ୍ସିତ ନ ହେଲେ ଏହି ରୋଗର ଅନେକ ଜଟିଳତା ସୃଷ୍ଟି ହୁଏ । ସେଗୁଡ଼ିକ ନାମ - ଡାଏବେଟିକ କିଟୋଏସିଡୋସିସ ଓ ନନ୍କିଟୋଟିକ ହାଇପରଅସମୋଲାର କୋମା ବା ସାଧାରଣରେ ପରିଚିତ କୋମା । ସାଂଘାତିକ ଦୀର୍ଘକାଳୀନ ଜଟିଳତା ଗୁଡ଼ିକର ନାମ - ହୃତ୍ପିଣ୍ଡରକ୍ତନଳୀ ରୋଗ, ସ୍ଟ୍ରୋକ୍, ବୃକ୍କ ଫେଲ୍, ପାଦ ଘାଆ ଓ ଡାଏବେଟିସ ଜନିତ ରେଟିନୋପାଥି ଅଗ୍ନାଶୟରୁ (ଇଂରାଜୀରେ Pancreas) ଇନ୍ସୁଲିନ୍ କ୍ଷରଣ ନ ହେଲେ ବା ନିର୍ଗତ ଇନ୍ସୁଲିନ୍ ପ୍ରତି ଦେହର ଜୀବକୋଷ ପ୍ରତିକ୍ରିୟାହୀନ ହେଲେ ମଧୁମେହ ରୋଗ ହୁଏ । ମୂଖ୍ୟତଃ ତିନି ପ୍ରକାର ମଧୁମେହ ରୋଗ ଦେଖାଯାଏ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ଵର ବିଭିନ୍ନ ସ୍ଥାନରୁ ସ୍ଵେଚ୍ଛାସେବକ ମାନଙ୍କ ଅବଦାନ ଦ୍ଵାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି" ର ଅର୍ଥ "ଶୀଘ୍ର" କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ଵର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ବରେ ୩୦୦ ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କ ଦ୍ଵାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟ ରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ବାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ଵର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଭାଷା ହେଉଛି ଯୋଗାଯୋଗର ଜଟିଳ ପ୍ରଣାଳୀକୁ ଶିଖିବା ଓ ବ୍ୟବହାର କରିବା ପାଇଁ ଥିବା ମନୁଷ୍ୟର ସାମର୍ଥ୍ୟ ଏବଂ ଗୋଟିଏ ଭାଷା ହେଉଛି ଏହି ଜଟିଳ ଯୋଗାଯୋଗ ପ୍ରଣାଳୀର ଏକ ଉଦାହରଣ । ପୃଥିବୀରେ ସର୍ବମୋଟ କେତେ ଭାଷା ଅଛି ଏକଥା ସଠିକ ଭାବେ କହିବା ସମ୍ଭବ ନୁହେଁ ଏବଂ ଏହି ସଂଖ୍ୟା ଭାଷା (language) ଓ ଲୋକଭାଷା (dialects) ମଧ୍ୟରେ ସୂକ୍ଷ୍ମ ପ୍ରଭେଦ ଉପରେ ନିର୍ଭର କରେ । ତଥାପି ଆକଳନ କରାଯାଇଛି ଯେ ଏହି ସଂଖ୍ୟା ୬୦୦୦ରୁ ୭୦୦୦ ହେବ ।
ଚିଲିକା ଓଡ଼ିଶାର ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ବ୍ୟାପିଥିବା ଏକ ଲବଣାକ୍ତ ହ୍ରଦ । ଏହା ଓଡ଼ିଶାର ସବୁଠୁ ବଡ଼ ହ୍ରଦ । ଅଂଶୁପା ଓ ସର ମଧୁରଜଳ ହ୍ରଦ ହୋଇଥିବା ବେଳେ ଚିଲିକା ହେଉଛି ଲବଣାକ୍ତ ଜଳ ( Brackish Water) ହ୍ରଦ। ଏଠାରେ ଥିବା ନଳବଣ ବିଦେଶୀ ପକ୍ଷୀମାନଙ୍କ ଶୀତକାଳୀନ ବାସସ୍ଥାନ । ଚିଲିକାରେ ଶୀତଦିନ ବିତାଇବା ପାଇଁ ଏମାନେ ହଜାର ହଜାର ମାଇଲ ଉଡ଼ି ସୁଦୂର ଉତ୍ତର ଗୋଲାର୍ଦ୍ଧ ଓ ସାଇବେରିଆ ଅଞ୍ଚଳରୁ ଆସନ୍ତି । ଏଠାରେ ଥିବା ପରିକୁଦ ଓ ମାଲୁଦ ଦ୍ଵୀପରେ ଥିବା ମନ୍ଦିର ପର୍ଯ୍ୟଟକମାନଙ୍କ ପାଇଁ ଅନ୍ୟତମ ଆକର୍ଷଣ । ପ୍ରକୃତିର ବିବିଧତା ଏଠାରେ ଫୁଟିକରି ଦେଖାଯାଏ । ବିଭିନ୍ନ ପ୍ରକାରର ପକ୍ଷୀ, ସାମୁଦ୍ରିକ ପ୍ରାଣୀ, ଉଦ୍ଭିଦମାନଙ୍କର ଏହା ଗନ୍ତାଘର ।
ଶୁକ୍ରବାର ହେଲା ସପ୍ତାହର ଏକ ଦିନ ଯାହା ଗୁରୁବାର ପରେ ଓ ଶନିବାର ପୂର୍ବରୁ ଆସେ । ହିନ୍ଦୁ ଧାର୍ମିକ ପରମ୍ପରାରେ ଶୁକ୍ରବାର ଶକ୍ତିମାତା ଏବଂ ଗ୍ରହଦେବତା ଶୁକ୍ରଙ୍କୁ ସମର୍ପିତ I ଶକ୍ତିଙ୍କ ସ୍ୱରୂପ ହେଲେ ଦେବୀ ମାତା ଦୁର୍ଗା ଏବଂ ତାଙ୍କର ଅବତାର କାଳୀ, ଅନ୍ନପୂର୍ଣ୍ଣେଶ୍ୱରୀ ଏବଂ ସନ୍ତୋଷୀ I ଏହି ଦିନ ମୁଖ୍ୟତଃ ଦେବୀ ସନ୍ତୋଷୀ ମାତାଙ୍କ ସମ୍ମାନର୍ଥେ ବ୍ରତଧାରଣ କରାଯାଇଥାଏ I ଏହି ବ୍ରତ-ଉପବାସ ‘ଷୋହଳ ଶୁକ୍ରବାର ବ୍ରତ’ ଭାବେ ସମଗ୍ର ଭାରତରେ ପ୍ରସିଦ୍ଧ I କାରଣ ବ୍ରତଧାରୀମାନେ କ୍ରମାଗତ ଭାବେ ୧୬ଟି ଶୁକ୍ରବାରରେ ଉପବାସ ପାଳନ କରିଥା‘ନ୍ତି I ମା'ସନ୍ତୋଷୀଙ୍କୁ ପୂଜା କଲେ ସୁଖ, ଶାନ୍ତି ପ୍ରାପ୍ତି ସହ ମନସ୍କାମନା ପୂର୍ଣ୍ଣ ହୁଏ ବୋଲି ବିଶ୍ଵାସ ରହିଛି । ଯେକୌଣସି ମାସର ଶୁକ୍ଳପକ୍ଷରୁ ଏହି ବ୍ରତ ଆରମ୍ଭ କରାଯାଇଥାଏ । ଏହିଦିନରେ ଶୁଭ୍ର-ଶ୍ୱେତ ବର୍ଣ୍ଣକୁ ଗୁରୁତ୍ୱ ଦିଆଯାଏ I ଏହିଦିନରେ ଶକ୍ତିଙ୍କର ଉପାସନା ଅତ୍ୟନ୍ତ ପବିତ୍ର କର୍ମବିଶେଷ I ଭାରତର ବିଭିନ୍ନ ଅଞ୍ଚଳରେ ଥିବା ଶକ୍ତି ଉପାସନା ଧର୍ମପୀଠ ଗୁଡ଼ିକରେ ଏହିଦିନ ପ୍ରବଳ ଜନସମାଗମ ହୋଇଥାଏ I ଭକ୍ତ-ଶ୍ରଦ୍ଧାଳୁମାନେ ଶ୍ୱେତବସ୍ତ୍ର ପରିଧାନପୂର୍ବକ ପୂଜାପାଠ କରିଥା’ନ୍ତି I ସୂର୍ଯ୍ୟୋଦୟ ପୂର୍ବରୁ ଉପବାସ ଆରମ୍ଭ ହୋଇ ଭଙ୍ଗ କରାଯାଏ ସୂର୍ଯ୍ୟାସ୍ତ ପରେ I ବ୍ରତଧାରୀମାନେ କେବଳ ରାତ୍ରିଭୋଜନ ଗ୍ରହଣ କରିଥା’ନ୍ତି I ଦୁଗ୍ଧ ଏବଂ ଖିରି ଭଳି ଶ୍ୱେତବର୍ଣ୍ଣା ଖାଦ୍ୟ-ଦ୍ରବ୍ୟ ଗ୍ରହଣ କରିବା ବିଧି ସର୍ବତ୍ର ପ୍ରଚଳିତ । ମା'ସନ୍ତୋଷୀଙ୍କ ବ୍ରତଧାରୀଙ୍କୁ ଶୁକ୍ରବାର ଦିନ ଖଟା ଓ ଆମିଷ ଖାଦ୍ୟ ବାରଣ କରାଯାଇଥାଏ । ବ୍ରତ ଶେଷରେ ହଳଦି, ଗୁଡ଼ ଓ ଚଣାର ଭୋଗ ଲଗାଯାଏ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ପଇତା ହେଉଛି ଭାରତୀୟ ହିନ୍ଦୁ ସଂସ୍କୃତିରେ ଧାରଣ କରାଯାଉଥିବା ଏକ ପବିତ୍ର ସୂତ୍ର । ଏହାକୁ ସାଧାରଣତଃ ହିନ୍ଦୁ ବ୍ରାହ୍ମଣମାନେ ଧାରଣ କରିଥାନ୍ତି । ଏହି ପଇତା ବା ଯଜ୍ଞୋପବିତକୁ ଧାରଣ କରିବା ପାଇଁ ବ୍ରତୋପନୟନ ନାମକ ଏକ ସଂସ୍କାରର ଆୟୋଜନ କରାଯାଏ । ବ୍ରାହ୍ମଣଙ୍କ ଛଡ଼ା କ୍ଷତ୍ରିୟ ଓ ବୈଶ୍ୟମାନେ ମଧ୍ୟ ପଇତା ଧାରଣ କରିଥାନ୍ତି । ବ୍ରାହ୍ମଣମାନଙ୍କ ପଇତା ସୂତାରେ ତିଆରି ହୋଇଥିବା ବେଳେ, କ୍ଷତ୍ରିୟମାନଙ୍କ ପଇତା ଛଣରେ ଓ ବୈଶ୍ୟମାନଙ୍କ ପଇତା ପଶମରେ ତିଆରି ହୋଇଥାଏ ।
ଭାରତ ହେଉଛି ବିଶ୍ଵର ସର୍ବ ବୃହତ୍ ଗଣତାନ୍ତ୍ରିକ ରାଷ୍ଟ୍ର । ଗଣତନ୍ତ୍ରରେ ସରକାରର ୩ଟି ଅଙ୍ଗ ବା ଶାଖା ଥାଏ, ଯଥା ବ୍ୟବସ୍ଥାପକ ସଭା, କାର୍ଯ୍ୟପାଳିକା ଓ ନ୍ୟାୟପାଳିକା । ବ୍ୟବସ୍ଥାପକ ସଭା ଆଇନ ପ୍ରଣୟନ କରୁଥିବାବେଳେ କାର୍ଯ୍ୟପାଳିକା ଏହାକୁ କାର୍ଯ୍ୟକାରୀ କରେ । ସେହିପରି ବିଚାରବିଭାଗ ଏହି ଆଇନ ଗୁଡିକର ତର୍ଜମା, ବ୍ୟାଖ୍ୟା ଓ ସମୀକ୍ଷା କରେ ତଥା ଦୋଷୀକୁ ଦଣ୍ଡବିଧାନ କରେ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।