ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଦେବସ୍ନାନ ପୂର୍ଣ୍ଣିମା ବା ସ୍ନାନଯାତ୍ରା, ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ପାଳନ କରାଯାଏ । ଏହି ଦିନ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ଵନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯାଏ । ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଇଥାଏ । ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ । ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ । ଏହା ରଥଯାତ୍ରା ଆଗରୁ ପାଳିତ ହେଉଥିବା ଏକ ପୂଜା ବିଧି ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା]
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ବିର୍ସା ମୁଣ୍ଡା ଭାରତର ଜଣେ ଦେଶପ୍ରେମୀ ସଂଗ୍ରାମୀ ଭାବରେ ଇତିହାସରେ ବିଖ୍ୟାତ। ଊନବିଂଶ ଶତାବ୍ଦୀରେ ଭାରତରେ ଇଂରେଜ ଶାସନ କାଳରେ ବିର୍ସା ବିହାର ଓ ଝାଡ଼ଖଣ୍ଡ ଅଞ୍ଚଳର ସ୍ଵାଧୀନତା ସଂଗ୍ରାମୀ ମାନଙ୍କୁ ଏକାଠି କରି ଏକ ବଡ ଧରଣର ବିପ୍ଲବ ଆରମ୍ଭ କରିଥିଲେ । ୨୫ ବର୍ଷ ବୟସର ହେବା ବେଳକୁ ଭାରତର ସ୍ୱାଧୀନତା ସଂଗ୍ରାମର ଇତିହାସରେ ସେ ଏକ ନୂତନ ଫର୍ଦ୍ଦ ଯୋଡ଼ିସାରିଥିଲେ । ସେ ନିଜ ଗାଁ ଏବଂ ଆଖପାଖ ଅଞ୍ଚଳର ଯୁବକ ମାନଙ୍କୁ ଇଂରେଜ ସରକାରଙ୍କ ବିରୋଧରେ ଲଢ଼ିବାକୁ ସଂଗଠିତ କରିପାରିଥିଲେ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଗୋପାଳ ଛୋଟରାୟ (୧୯୧୬ - ୨୨ ଜାନୁଆରୀ ୨୦୦୩) ଜଣେ ଓଡ଼ିଆ ନାଟ୍ୟକାର । ଓଡ଼ିଶାର ଗୀତିନାଟ୍ୟ, ପାଲା, ଗହନ ଆଦିରେ ସଂସ୍କାର ଆଣିବାରେ ସେ ପ୍ରୟାସ କରିଥିଲେ । ସାଧାରଣ ମଣିଷର ଜୀବନଧାରଣ ଓ ନିତିଦିନିଆ ଚଳଣିକୁ ନେଇ ତାଙ୍କର ନାଟକ ସବୁ ଜୀବନ୍ତ । ସେ ଶତାଧିକ ମଞ୍ଚ ଓ ବେତାର ନାଟକ ଏବଂ ଅନେକ ଚଳଚ୍ଚିତ୍ରରେ ସଂଳାପ ରଚନା କରିଛନ୍ତି । ସେ ମଧ୍ୟ ଅନେକ ହିନ୍ଦୀ, ମରାଠୀ ଓ ଗୁଜରାଟୀର ନାଟକକୁ ଓଡ଼ିଆ ଭାଷାରେ ରୂପାନ୍ତର କରିଛନ୍ତି ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ଵର ବିଭିନ୍ନ ସ୍ଥାନରୁ ସ୍ଵେଚ୍ଛାସେବକ ମାନଙ୍କ ଅବଦାନ ଦ୍ଵାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି" ର ଅର୍ଥ "ଶୀଘ୍ର" କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ଵର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ବରେ ୩୦୦ ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କ ଦ୍ଵାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟ ରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ବାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ଵର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ଵଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଭଗବାନ ବିଷ୍ଣୁଙ୍କର ଦଶାବତାର କଥା ଶୁଣିଲେ ଓ ଓଡ଼ିଶୀ ନାଚର ଦଶ ଅବତାର ଭଙ୍ଗୀ ଦେଖିଲେ ବୁଝାପଡ଼େ ମଣିଷ କିପରି ଏ ପୃଥିବୀକୁ ଆସିଲା । ବିବର୍ତ୍ତନବାଦୀମାନେ କହନ୍ତି, ପୃଥିବୀଟା ବହୁ ପୁରାକାଳରେ ଖାଲି ବାଷ୍ପମୟ ଥିଲା । କ୍ରମେ କ୍ରମେ ସେ ବାଷ୍ପରାଶି ଶୀତଳ ହୋଇଯାଇ ନାନାପ୍ରକାର ପଦାର୍ଥ ଓ ରାସାୟନିକ ଦ୍ରବ୍ୟରେ ପରିଣତ ହେଲା । ପାଣି ମଧ୍ୟ ତିଆରି ହେଲା । ସେ ପାଣିରେ ପ୍ରଥମେ ଛୋଟ ଛୋଟ ଜୀବ ଉତ୍ପନ୍ନ ହେଲେ । ସେ ଛୋଟ ଛୋଟ ଜୀବ ନାନା ଘାତ ପ୍ରତିଘାତ ମଧ୍ୟରେ ଯାଇ ଆସ୍ତେ ଆସ୍ତେ ଉନ୍ନତ ଧରଣର ହେଲେ । ପରେ ମାଛମାନଙ୍କର ଆବିର୍ଭାବ ହେଲା । ସେ ମାଛମାନେ କ୍ରମେ କ୍ରମେ ଜଳରୁ ସ୍ଥଳଭାଗକୁ ଆସିଲେ । ତା ପରେ ନାନା ପ୍ରକାର ସରୀସୃପ ବା ସାପ ଜାତୀୟ ଓ ବେଙ୍ଗ ଜାତୀୟ ଜୀବ ସୃଷ୍ଟି ହେଲେ । ସେଥିରୁ କ୍ରମେ କ୍ରମେ ନାନା ପ୍ରକାର ଡାଇନୋସର ଓ ଅନ୍ୟାନ୍ୟ ପ୍ରକାରର ଜୀବ ସୃଷ୍ଟି ହୋଇ ଶେଷରେ ମାଙ୍କଡମାନଙ୍କର ଆବିର୍ଭାବ ହେଲା । ଏସବୁ ହେବାକୁ କୋଟି କୋଟି ବର୍ଷ ଲାଗିଥିଲା ବୋଲି ବୈଜ୍ଞାନିକମାନେ କହନ୍ତି । ତା ପରେ ଆସିଲା ମଣିଷ ।
ଟୁଲାରେମିଆ (ଇଂରାଜୀ ଭାଷାରେ Tularemia, ଅନ୍ୟ ନାମ ରାବିଟ ଫିଭର) ଏକ ସଂକ୍ରାମକ ରୋଗ (Infectious disease) ଯାହା ଫ୍ରାନ୍ସିସେଲା ଟୁଲାରେନସିସ (Francisella tularensis) ନାମକ ଜୀବାଣୁଦ୍ୱାରା (bacterium ) ହୁଏ । ଏହି ରୋଗରେ ଜ୍ୱର, ଚର୍ମ ଘାଆ (skin ulcer), ଲିମ୍ଫାଡେନୋପାଥି (large lymph nodes) ଇତ୍ୟାଦି ଲକ୍ଷଣମାନ ଦେଖାଯାଆନ୍ତି । କ୍ୱଚିତ ଏହା ଦ୍ୱାରା ନିମୋନିଆ ବା ଗଳା ସଂକ୍ରମଣ ହୋଇପାରେ । ଏହି ରୋଗର ଜୀବାଣୁ ଟିକ (tick) ବା ଡିଅର ଫ୍ଲାଇଦ୍ୱାରା (deer flies) ବା ସଂକ୍ରମିତ ପଶୁଙ୍କ ସଂସ୍ପର୍ଶରେ ଆସିଲେ ବ୍ୟାପିଥାଏ । ପ୍ରଦୂଷିତ ଜଳ ବା ଧୂଳିଦ୍ୱାରା ମଧ୍ୟ ବ୍ୟାପିଥାଏ । ମଣିଷଠାରୁ ମଣିଷକୁ ବ୍ୟାପେନାହିଁ । ରକ୍ତ ପରୀକ୍ଷା, ଜୀବାଣୁ କଲଚର (microbial culture) କରି ରୋଗ ନିର୍ଣ୍ଣୟ କରାଯାଏ ।କୀଟ ବିକର୍ଷକ (Insect repellent, ଲମ୍ବା ପ୍ୟାଣ୍ଟ ପରିଧାନ, ଦୃତ ଟିକ ଦୂରୀକରଣ ପଦ୍ଧତିରେ ଏହି ରୋଗ ପ୍ରତିଷେଧ କରିହୁଏ । ସ୍ଟ୍ରେପ୍ଟୋମାଇସିନ ଦେଇ ସାଧାରଣତଃ ଏହାର ଚିକିତ୍ସା କରାଯାଏ । ଏହା ବ୍ୟତୀତ ସ୍ଟ୍ରେପ୍ଟୋମାଇସିନ, ଜେଣ୍ଟାମାଇସିନ, ଡକ୍ସିସାଇକ୍ଲିନ, ସିପ୍ରୋଫ୍ଲୋକ୍ସାସିନ୍ ଓଷଧ ସାହାଯ୍ୟରେ ମଧ୍ୟ ଚିକିତ୍ସା କରାଯାଏ ।ସନ ୧୯୭୦ରୁ ୨୦୧୫ ମଧ୍ୟରେ ଯୁକ୍ତରାଷ୍ଟ୍ର ଆମେରିକାରେ ୨୦୦ ରୋଗୀ ଚିହ୍ନଟ ହୋଇଥିଲେ । ମହିଳାଙ୍କ ଅପେକ୍ଷା ପୁରୁଷମାନେ ଅଧିକ ଆକ୍ରମଣର ଶିକାର ହୋଇଥିଲେ । ଯୁବକ ଓ ମଧ୍ୟ ବୟସ୍କ ଲୋକଙ୍କୁ ଅଧିକ ରୋଗ ହେବା ଦେଖାଯାଏ । ଯୁକ୍ତରାଷ୍ଟ୍ର ଆମେରିକାରେ ଗ୍ରୀଷ୍ମ ଦିନେ ରୋଗ ଅଧିକ ହୁଏ । ଟୁଲାରେ କାଉଣ୍ଟି, କାଲିଫର୍ନିଆରେ ଏହି ରୋଗ ସନ ୧୯୧୧ରେ ଆବିଷ୍କୃତ ହୋଇଥିବାରୁ ଏହାର ନାମ ଟୁଲାରେମିଆ ରଖାଯାଇଛି । ଠେକୁଆ ଭଳି ଅନେକ ପଶୁମାନଙ୍କୁ ମଧ୍ୟ ଏ ରୋଗ ହୋଇପାରେ ।
ଓଡ଼ିଶାର ରାଜ୍ୟପାଳମାନଙ୍କର ତାଲିକା
୧୯୩୬ରେ ଓଡ଼ିଶା ସ୍ଵତନ୍ତ୍ର ରାଜ୍ୟ ଗଠନ ହେବା ପରେ ରାଜ୍ୟପାଳ ଭାବେ ଦାୟିତ୍ଵ ନିର୍ବାହ କରିଥିବା ବ୍ୟକ୍ତି ବିଶେଷଙ୍କ ତାଲିକା:
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ପଶ୍ଚିମ ଓଡ଼ିଶା ( ଇଂରାଜୀ : Western Odisha ) ଓଡ଼ିଶାର କଳାହାଣ୍ଡି ଜିଲ୍ଲାରୁ ଆରମ୍ଭ କରି ସୁନ୍ଦରଗଡ଼ ଜିଲ୍ଲା ପର୍ଯ୍ୟନ୍ତ ପରିବ୍ୟାପ୍ତ ଭୂଖଣ୍ଡକୁ ପଶ୍ଚିମ ଓଡ଼ିଶା କୁହା ଯାଏ । ଏହି ଅଞ୍ଚଳ ଭିତରେ ସମ୍ବଲପୁର ଜିଲ୍ଲା, ବଲାଙ୍ଗୀର , ବରଗଡ଼, ଦେବଗଡ଼ , ଝାରସୁଗୁଡା , କଳାହାଣ୍ଡି , ବୌଦ, ସୁନ୍ଦରଗଡ଼ ନୂଆପଡ଼ା ,ସୁବର୍ଣ୍ଣପୁର ଜିଲ୍ଲା ( ସୋନପୁର) ଜିଲ୍ଲା ସମୂହ ସହ ଅନୁଗୁଳ ଜିଲ୍ଲାର ଆଠମଲ୍ଲିକ ସବ ଡିଭିଜନ ଅନ୍ତର୍ଭୁକ୍ତ । କେତେକ ଏହାକୁ କୋଶଳ ଅଞ୍ଚଳ ବୋଲି କହି ଥାଆନ୍ତି । ପଞ୍ଚମ ଶତାବ୍ଦୀ ପୂର୍ବରୁ ଏହି ଅଞ୍ଚଳ ଦକ୍ଷିଣ କୋଶଳ ନାମରେ ପରିଚିତ ଥିଲା ଏବଂ ଏହା ଏକ ବିଶାଳ ଭୌଗୋଳିକ ଅଞ୍ଚଳ ଥିଲା । ଏହା କୃଷିପ୍ରଧାନ ଅଞ୍ଚଳ ଭାବରେ ଏକ ସାଂସ୍କୃତିକ ସମନ୍ନ୍ୟୟ ପୂର୍ଣ ଅଞ୍ଚଳ ଥିଲା । ଏବେ କଳାହାଣ୍ଡି , କୋରାପୁଟ ଓ ବଲାଙ୍ଗିର ମରୁଡ଼ି ପ୍ରବଣ ଜିଲ୍ଲା ଭାବେ KBK ନାମରେ ଚିହ୍ନିତ ହେଇ ଅନେକ ବର୍ଷ ହେଲା କେନ୍ଦ୍ର ତଥା ରାଜ୍ୟ ସରକାରଙ୍କଦ୍ଵାରା ସ୍ଵତନ୍ତ୍ର ସାହାଯ୍ୟ ପ୍ରାପ୍ତ ହେଇଥିଲେ ମଧ୍ୟ ଖୁବ ଦରିଦ୍ର ଓ ଅନା ଟନ ଭିତରେ ଏହାର ଅଧିକାଂଶ ଅଧିବାସୀ ରହିଛନ୍ତି । ପୁଣି ପୁରା ପଶ୍ଚିମ ଓଡ଼ିଶାର ବିକାଶ ପାଇଁ ରାଜ୍ୟ ସରକାର ସ୍ଵତନ୍ତ୍ର 'ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ' ( WODC ) ଗଠନ କରିଛନ୍ତି ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ବାମାପଦ ତ୍ରିପାଠୀ ଏବେ ସମାଜର ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ଡର୍ମାଟୋଫାଇଟୋସିସ, ଓଡ଼ିଆ ଭାଷାରେ ଯାଦୁ (ଇଂରାଜୀ ଭାଷାରେ Dermatophytosis ବା tinea, କଥିତ ଇଂରାଜୀ ଭାଷାରେ ringworm) ରୋଗ ଏକ କବକ ବା ଫିମ୍ପି ସଂକ୍ରମଣ (fungal infection) ଯୋଗୁ ଚର୍ମରେ (skin) ହୋଇଥାଏ । ଏଥିରେ ସ୍ୱାଭାବିକ ଭାବରେ ଲାଲ, ଗଲୁକାରୀ, କାତି ସମ୍ପନ୍ନ ଗୋଲାକାର ରାସ ହୁଏ । ରୋଗ ହୋଇଥିବା ସ୍ଥାନରେ ବାଳ ଉପୁଡ଼ିଯାଏ । ସଂକ୍ରମିତ ହେବାର ୪ରୁ ୧୪ଦିନ ପରେ ଏହାର ଲକ୍ଷଣ ଦେଖାଯାଏ । ଦେହର ଏକାଧିକ ସ୍ଥାନରେ ଏହି ରୋଗ ହୋଇପାରେ ।ପ୍ରାୟ ୪୦ ପ୍ରକାର କବକ ଏହି ଯାଦୁ ରୋଗ ସୃଷ୍ଟି କରିପାରନ୍ତି । ଏଗୁଡ଼ିକ ସାଧାରଣତଃ ଟ୍ରାଇକୋଫାଇଟନ (Trichophyton), ମାଇକ୍ରୋସ୍ପୋରମ (Microsporum), ବା ଏପିଡର୍ମୋଫାଇଟନ (Epidermophyton) ଶ୍ରେଣୀର କବକ । ଜନ ସାଧାରଣ ବ୍ୟବହୃତ ସ୍ନାନାଗାରରେ ଗାଧୋଇଲେ, ଦେହ ସଂସ୍ପର୍ଷରେ ଆସୁଥିବା କ୍ରୀଡ଼ା ଯେପରିକି କୁସ୍ତିରେ ଭାଗ ନେଲେ, ଅତ୍ୟଧିକ ଝାଳ ବୋହିଲେ, ମୋଟାପଣ ଥିଲେ ଓ ଇମ୍ମ୍ୟୁନିଟି ଅଭାବ ଥିଲେ ଏହି ରୋଗ ସଙ୍କଟ ରହେ । ପଶୁଠାରୁ ଓ ମଣିଷ-ମଣିଷ ମଧ୍ୟରେ ଏ ରୋଗ ବ୍ୟାପେ । ଏହାର ବାହ୍ୟ ଆକୃତି ଓ ଲକ୍ଷଣ ଦେଖି ରୋଗ ନିର୍ଣ୍ଣୟ କରାଯାଏ । ରୋଗାକ୍ରାନ୍ତ ସ୍ଥାନରୁ ଚର୍ମ ସାମ୍ପଲ ନେଇ କଲଚର (culturing) କରି ବା ଅଣୁବୀକ୍ଷଣ ଯନ୍ତ୍ରରେ ଦେଖି ରୋଗ ନିର୍ଣ୍ଣୟ କରାଯାଏ ।ଚର୍ମ ଓଦା ନ ରଖିଲେ, ଖାଲି ପାଦରେ ନ ଚାଲିଲେ ଓ ଅନ୍ୟର ବ୍ୟକ୍ତିଗତ ପଦାର୍ଥ ବ୍ୟବହାରର ଭାଗୀଦାର ନ ହେଲେ ଏହି ରୋଗ ପ୍ରତିରୋଧ କରିହୁଏ । କ୍ଲୋଟ୍ରାଇମାଜୋଲ (clotrimazole) ବା ମିକୋନାଜୋଲ (miconazole) ଭଳି ଆଣ୍ଟିଫଙ୍ଗାଲ କ୍ରିମ (antifungal cream) ଲଗେଇ ଚିକିତ୍ସା କରାଯାଏ । ସ୍କାଲ୍ପ/ଖପୁରୀ ଆବରଣରେ ରୋଗ ହୋଇଥିଲେ ଫ୍ଲୁକୋନାଜୋଲ (fluconazole) ପାଟିରେ ଖାଇବାକୁ ଦିଆଯାଏ ।ଜନସଂଖ୍ୟାର ପ୍ରାୟ ୨୦% ଲୋକ ଏହି ଯାଦୁ ରୋଗରେ ଆକ୍ରାନ୍ତ ହୋଇପାରନ୍ତି । ପୁରୁଷମାନଙ୍କରେ ଜଙ୍ଘ ମୂଳରେ ସାଧାରଣତଃ ଅଧିକ ଦେଖାଯାଏ ଓ ପୁରୁଷ ତଥା ମହିଳାଙ୍କର ଦେହ ତଥା ଖପୁରୀ ଆବରଣରେ ଏ ରୋଗ ହୁଏ । ଖପୁରୀ ଆବରଣ ସଂକ୍ରମଣ ପିଲାଙ୍କର ଅଧିକ ହୁଏ ଓ ଜଙ୍ଘ ମୂଳ ସଂକ୍ରମଣ ସାଧାରଣତଃ ବୟସ୍କ ଲୋକଙ୍କର ଅଧିକ ହୁଏ । ଯାଦୁର ବର୍ଣ୍ଣନା ପୁରାତନ ଇତିହାସରେ (ancient history) ଦେଖିବାକୁ ମିଳେ ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି ।
ଭାରତରେ ପ୍ରଚଳିତ ଶାସ୍ତ୍ରୀୟ ନୃତ୍ୟମାନଙ୍କ ମଧ୍ୟରୁ ଓଡ଼ିଶୀ ନୃତ୍ୟ ଅନ୍ୟତମ । ଏହାର ପରମ୍ପରା ଅତି ପ୍ରାଚୀନ । ଖାରବେଳଙ୍କ ସମୟରେ ଖୋତିତ ରାଣୀଗୁମ୍ଫା,ସ୍ଵର୍ଗପୁରୀ ଓ ମଞ୍ଚପୁରୀ ଗୁମ୍ଫାର ଗାତ୍ରରେ ଦେଖିବାକୁ ମିଳୁଥିବା ନର୍ତ୍ତକୀମାନଙ୍କର ପ୍ରତିମା ତଥା ହାତୀଗୁମ୍ଫା ଅଭିଲେଖରେ ବର୍ଣ୍ଣିତ ନୃତ୍ୟ ଓଡ଼ିଶୀନୃତ୍ୟର ପ୍ରାଚୀନତା ପ୍ରତିପାଦନ କରେ । ଭରତଙ୍କ ନାଟ୍ୟଶାସ୍ତ୍ରରେ ଉଲ୍ଲିଖିତ କଳିଙ୍ଗ ନୃତ୍ୟ ଶୈଳୀ ଓଡ଼ିଶୀ ନୃତ୍ୟର ସ୍ଵାତନ୍ତ୍ରତା ପ୍ରମାଣିତ କରେ । ଭୁବନେଶ୍ଵରର ପର୍ଶୁରାମେଶ୍ଵର ମନ୍ଦିର,ବୈତାଳ ମନ୍ଦିର,ଶିଶିରେଶ୍ଵର ମନ୍ଦିର, ମାର୍କଣ୍ଡେଶ୍ଵର ମନ୍ଦିର,ମୁକ୍ତେଶ୍ଵର ମନ୍ଦିର, ରାଜରାଣୀ ମନ୍ଦିର,ଲିଙ୍ଗରାଜ ମନ୍ଦିର, ମେଘେଶ୍ଵର ମନ୍ଦିର ପ୍ରଭୃତି, ପୁରୀର ଜଗନ୍ନାଥ ମନ୍ଦିର ଏବଂ କୋଣାର୍କ ସୂର୍ଯ୍ୟମନ୍ଦିରର ବର୍ହିଭାଗରେ ଖୋଦିତ ନର୍ତ୍ତକୀ ଓ ନାୟିକାମାନଙ୍କର ଅଙ୍ଗଭଙ୍ଗୀ ଓ ମୁଦ୍ରାରୁ ଓଡ଼ିଶୀ ନୃତ୍ୟର ପରମ୍ପରା ସମୃଦ୍ଧ ହୋଇଥିବା ଜଣାଯାଏ । ପରବର୍ତ୍ତୀ କାଳରେ ଏହି ନୃତ୍ୟ ଦେବଦାସୀ ନୃତ୍ୟ (ମାହାରୀ) ଓ ଗୋଟିପୁଅମାନଙ୍କଦ୍ଵାରା ପରିବେଷିତ ହୋଇ ଆସୁଥିଲା । ଆମଦେଶ ସ୍ଵାଧୀନ ହେବା ପରେ ଏହି ନୃତ୍ୟ ପରମ୍ପରାର ପୁନରୁଦ୍ଧାର କରାଯାଇ ଓଡ଼ିଶୀ ନାମରେ ନାମିତ କରାଗଲା ଓ ଏହା ଶାସ୍ତ୍ରୀୟ ନୃତ୍ୟର ମର୍ଯ୍ୟାଦା ଲାଭ କଲା । ଏହି ଉଦ୍ୟମରେ ସାର୍ଥକତା ଲାଭକରିଥିବା ବ୍ୟକ୍ତିମାନକ ମଧ୍ୟରୁ କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକ, ନୃତ୍ୟଗୁରୁ ପଙ୍କଜଚରଣ ଦାସ, ଦେବପ୍ରସାଦ ଦାସ ଓ କେଳୁଚରଣ ମହାପାତ୍ର ଅନ୍ୟତମ ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
କର୍କଟ ରୋଗ ଏକ ପ୍ରକାର ଦୃତ ବୃଦ୍ଧି ସମ୍ପନ୍ନ ଅର୍ବୁଦ (ଇଂରାଜୀରେ Malignant tumour) ରୋଗ ଯେଉଁଥିରେ ଜୀବକୋଷମାନଙ୍କର ଅସ୍ଵଭାବିକ ଭାବରେ ଦୃତ ଗତିରେ ବୃଦ୍ଧି ପାଇଥାଏ ଏବଂ କେତେକ କ୍ଷେତ୍ରରେ ଶରୀରର ରୋଗଗ୍ରସ୍ତ ସ୍ଥାନରୁ ପାର୍ଶ୍ଵବର୍ତ୍ତୀ ସ୍ଥାନ ବା ଦୂରବର୍ତ୍ତୀ ସ୍ଥାନକୁ ରୋଗଗ୍ରସ୍ତ କୋଷଗୁଡ଼ିକ ସ୍ଥାନାନ୍ତରିତ ହେବାର ସମ୍ଭାବନା ଥାଏ । ସମସ୍ତ ଅର୍ବୁଦ କର୍କଟ ନୁହେଁ; ମୃଦୁ ଅର୍ବୁଦ (Benign tumour) ରୋଗ ଅଛି ଯାହା ଅନ୍ୟ ସ୍ଥାନକୁ ମାଡ଼ିଯାଏ ନାହିଁ । ପ୍ରଥମରୁ କୌଣସି ଆବୁ ଅନିୟନ୍ତ୍ରିତ ଭାବେ ବୃଦ୍ଧି ହୋଇନଥାଏ କିମ୍ବା ଅନ୍ୟ ପାଖାପାଖି କୋଷମାନଙ୍କୁ ଆକ୍ରାନ୍ତ କରିନଥାଏ । ସମ୍ଭାବ୍ୟ ଲକ୍ଷଣ ଓ ଚିହ୍ନ ମଧ୍ୟରେ ନୂଆ ଆବୁ (Lump), ଅସାଧାରଣ ରକ୍ତସ୍ରାବ, ଲମ୍ବା ସମୟ ଧରି କାଶ, ଅକାରଣ ଓଜନ ହ୍ରାସ ଓ ଖାଦ୍ୟନଳୀ ଚଳନର ପରିବର୍ତ୍ତନ ଦେଖାଯାଏ । ଏହି ସମସ୍ତ ଲକ୍ଷଣ କର୍କଟରେ ଥିଲେ ମଧ୍ୟ ଅନ୍ୟ କାରଣ ଯୋଗୁ ଦେଖାଯାଇପାରେ । ୧୦୦ରୁ ଅଧିକ ପ୍ରକାରର କର୍କଟ ମନୁଷ୍ୟକୁ ଆକ୍ରମଣ କରିପାଏ । କର୍କଟ ରୋଗ ଅନିୟନ୍ତ୍ରିତ ଭାବେ କୋଷ ବୃଦ୍ଧି କରିଥାଏ ଏବଂ ଶରୀରରେ କ୍ଷତିକାରକ ଆବୁ (Tumor) ସୃଷ୍ଟି କରିଥାଏ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
ମହା ଶିବରାତ୍ରି ଏକ ହିନ୍ଦୁ ପର୍ବ । ଏହି ଦିନ ଶିବଙ୍କ ପୂଜା କରଯାଏ । ଏହା ଫାଲ୍ଗୁନମାସ କୃଷ୍ଣ ପକ୍ଷ ଚତୁର୍ଦ୍ଦଶୀ ଦିନ ପାଳନ କରାଯାଏ ।ମୁନି ସନତ କୁମାରଙ୍କ ମତରେ ଶିବଙ୍କୁ ପ୍ରସନ୍ନ କରିବାର ଦଶଗୋଟି ବ୍ରତ ଅଛି । ସେ ମଧ୍ୟରୁ ଶିବରାତ୍ରି ବ୍ରତ ସର୍ବଶ୍ରେଷ୍ଠ ଓ ସର୍ବକାମପ୍ରଦ ଅଟେ । ଜାବାଳି ଶ୍ରୁତି ଅନୁସାରେ ଦଶ ଶୈବ ବ୍ରତ ମଧ୍ୟରେ ଏହି ଶିବରାତ୍ରି ବ୍ରତ ଅତ୍ୟନ୍ତ ସିଦ୍ଧିଦାୟକ । କେତେକ ଶ୍ରୁତି ଅନୁସାରେ ପୁଣ୍ୟ ମାସ ମାଘ ମାସର 'ମାଘସ୍ନାନ' ବ୍ରତ ମଧ୍ୟରେ କୃଷ୍ଣ ଚତୁର୍ଦ୍ଦଶୀ ତିଥିକୁ ଏକ ଶିବରାତ୍ରି ବ୍ରତ ପାଳନ କରାଯାଏ ବୋଲି ବର୍ଣ୍ଣନା ଥିଲେ ମଧ୍ୟ ଫାଲଗୁନ ମାସ କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ପାଳନ କରାଯାଉଥିବା ଶିବରାତ୍ରି ବ୍ରତକୁ ସର୍ବଶ୍ରେଷ୍ଠ ଭାବେ ଗ୍ରହଣ କରାଯାଏ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
କୁନା ତ୍ରିପାଠୀ (ଜନ୍ମନାମ: ସତ୍ୟବ୍ରତ ତ୍ରିପାଠୀ), ଜଣେ ଓଡ଼ିଆ କଥାଚିତ୍ର ଏବଂ ଦୂରଦର୍ଶନ ଅଭିନେତା । ସେ ଅଭିନୟ ବ୍ୟତୀତ ନିର୍ବାଚନ ବେଳେ ପ୍ରଚାର ଏବଂ ଦୂରଦର୍ଶନରେ ଉପସ୍ଥାପକ ଭାବରେ କାର୍ଯ୍ୟ କରୁଛନ୍ତି । ଏତଦ ବ୍ୟତୀତ ସେ ହାସ୍ୟାତ୍ମକ କବିତା, ଓଡ଼ିଆ ସାହିତ୍ୟ କବିତା, ଗପ ଆଦି ରଚନା ମଧ୍ୟ କରନ୍ତି । ମାଆ ଗୋଜବାୟାଣୀ ଚଳଚ୍ଚିତ୍ରରୁ ଅଭିନୟ ଆରମ୍ଭ କରିଥିବା କୁନା ଖଳନାୟକ, ସହକାରୀ ଅଭିନେତା, ହାସ୍ୟ ଅଭିନେତା ଭଳି ଭୂମିକାରେ ଅଭିନୟ କରିଛନ୍ତି । କୁନା ତ୍ରିପାଠୀ ଓ ଟିଭିରେ ପ୍ରସାରିତ କାର୍ଯ୍ୟକ୍ରମ ନ୍ୟୁଜ୍ ଫ୍ୟୁଜ୍ରେ ଉପସ୍ଥାପକ ଭାବରେ ୨୦୦୭ରୁ କାର୍ଯ୍ୟ କରିଆସୁଛନ୍ତି । ୨୦୧୮ ମସିହା ମଇ ମାସରେ କୁନା "ରାଜ୍ୟ ଚଳଚ୍ଚିତ୍ର ଉନ୍ନୟନ ନିଗମ"ର ଅଧ୍ୟକ୍ଷ ଭାବରେ ନିଯୁକ୍ତ ହୋଇଥିଲେ ।