ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏହି ଦିନଟିକୁ ସାଧାରଣତନ୍ତ୍ର ଦିବସ ରୂପେ ପାଳନ କରାଯାଏ । ସାଧାରଣତନ୍ତ୍ର ଦିବସରେ ରାଷ୍ଟ୍ରପତି ରାଜଧାନୀ ଦିଲ୍ଲୀର ଲାଲକିଲ୍ଲା ଦୁର୍ଗଠାରେ ଜାତୀୟ ପତାକା ଉତ୍ତୋଳନ କରି ଭାରତୀୟ ସାମରିକ ବାହିନୀ,ଅର୍ଦ୍ଧ ସାମରିକ ବାହିନୀ,ପୁଲିସ ବାହିନୀ ଓ ଦେଶର ବିଭିନ୍ନ ଅଂଚଳରୁ ଆସିଥିବା କ୍ୟାଡେଟ ମାନଙ୍କଠାରୁ ପ୍ୟାରେଡ଼ ଅଭିବାଦନ ଗ୍ରହଣ କରନ୍ତି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
'ଗୋ' ଶବ୍ଦର ଅନେକ ଅର୍ଥ ଅଛି । ଯଥା- ଗୋବଂଶ, ପୃଥିବୀ, ଦିଗ,ବାଣୀ, ଇନ୍ଦ୍ରିୟ, ଦୃଷ୍ଟି, କିରଣ, ଜଳ, ଚନ୍ଦ୍ର ଓ ଆହୁରି ଅନେକ । ସୃଷ୍ଟିର ସବୁଠାରୁ ଉପକାରୀ ପ୍ରାଣୀ ଗୋମାତା । ସେ ପଞ୍ଚମହାଭୂତ(ପୃଥିବୀ, ଜଳ, ଅଗ୍ନି, ବାୟୁ, ଆକାଶ)କୁ ଶୁଦ୍ଧ କରିବା ସହିତ ସଭିଙ୍କର ମଙ୍ଗଳ ବିଧାନ କରିଥାନ୍ତି । ଦ୍ୱାପର ଯୁଗରେ ସ୍ୱୟଂ ଭଗବାନ୍ କୃଷ୍ଣ ଗୋପାଳ ଭାବରେ ଅବତାର ନେଇ ଗୋ-ମହିମାକୁ ପ୍ରଚାର କରିଛନ୍ତି । ଭାରତୀୟ ଧର୍ମ ଶାସ୍ତ୍ରରେ ଗୋ-ମହିମା ଓ ଉପାସନାର ବର୍ଣ୍ଣନା ଅନେକ । ବୈଦିକ କାଳରୁ ଋଷି, ମୁନିଙ୍କ ଠାରୁ ଆରମ୍ଭ କରି ସାଧାରଣ ଲୋକଙ୍କ ପର୍ଯ୍ୟନ୍ତ ସଭିଏ ନିଜର ଭରଣ ପୋଷଣ ନିମନ୍ତେ ମୁଖ୍ୟତଃ କୃଷି ଓ ଗୋ-ପାଳନ ଉପରେ ନିର୍ଭର କରୁଥିଲେ । ଗାଈ ଠାରୁ ଦୁଗ୍ଧ ଆଦି ପଞ୍ଚଗବ୍ୟ(କ୍ଷୀର, ଘିଅ, ଦହି, ଗୋବର ଓ ଗୋମୂତ୍ର) ମିଳୁଥିବା ବେଳେ ଚାଷ ଓ ପରିବହନରେ ସାହାଯ୍ୟ କରିଥାଏ । ତେଣୁ ଗୋଜାତିକୁ ଗୋସମ୍ପଦ ବୋଲି କୁହାଯାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ପିଲାଙ୍କ ଉଦ୍ଦେଶ୍ୟରେ ଲିଖିତ ସାହିତ୍ୟ ହେଉଛି ଶିଶୁ ସାହିତ୍ୟ । ଓଡ଼ିଶାରେ ଶିଶୁ ସାହିତ୍ୟର ଏକ ବିସ୍ତୃତ ଇତିହାସ ଅଛି । ଆଈର କାହାଣୀ ପେଡି ,ମାଆର ଜହ୍ନମାମୁ ଗୀତ, ସାଙ୍ଗ ସାଥୀଙ୍କ ସହ ଖେଳିବା ବେଳେ ଶିଶୁ ମୁହଁର ଗୀତ ସବୁ ପୁରାକାଳରେ ଶିଶୁର ବିନୋଦନ ଓ ମନୋରଞ୍ଜନ କ୍ଷେତ୍ରରେ ସହାୟକ ହେଉଥିଲା । ଏସବୁ ଶିଶୁ ସାହିତ୍ୟ ଆରମ୍ଭ ପର୍ଯ୍ୟାୟର କଥା । ପରବର୍ତ୍ତୀ ସମୟରେ ବିଭିନ୍ନ ପୁରାଣ କାହାଣୀ ,ରହସ୍ୟ କଥା ଓ କଉତୁକ ଗୀତସବୁ ଶିଶୁର କଅଁଳ ମନକୁ ବେଶ କିଛି ବର୍ଷ ଧରି ପ୍ରଭାବିତ କରି ରଖିଥିଲା । ଓଡ଼ିଆରେ ରଚିତ ଶିଶୁ ଉପଯୋଗୀ ଲେଖା (କବିତା, ଗପ, ଉପନ୍ୟାସ) ଓଡ଼ିଆ ଶିଶୁ ସାହିତ୍ୟର ମୁଖ୍ୟ ବିଭବ ।
ଗୋଟିଏ ସ୍ଵାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ଵାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ଵ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ଡ଼କ୍ଟର ଦିଗରାଜ ବ୍ରହ୍ମା ଓଡିଶାର ଜଣେ ଲବ୍ଧପ୍ରତିଷ୍ଠିତ ସାହିତ୍ୟିକ ଓ ଶିକ୍ଷାବିତ | ତାଙ୍କ ରଚିତ ପୁସ୍ତକ ଗୁଡି଼କ ଜୀବନ ଧର୍ମୀ ଓ ପ୍ରାଣସ୍ପର୍ଶୀ | ବିଶେଷତଃ ଶିଶୁସାହିତ୍ୟ ପ୍ରସ୍ତୁତି, ପାଠ୍ୟପୁସ୍ତକ ପ୍ରଣୟନ ଓ ଗବେଷଣା କ୍ଷେତ୍ରରେ ତାଙ୍କର ସ୍ଥାନ ସ୍ୱତନ୍ତ୍ର | ଇତିହାସରେ ଏମ,ଏ., ଶିକ୍ଷାରେ ଏମ. ଏଡ଼. ଓ ଶିଶୁ ସାହିତ୍ୟରେ ଶିକ୍ଷାଗତ ପ୍ରୟୋଗ ସମ୍ପର୍କରେ ସନ୍ଧର୍ଭ ଲେଖି ସେ ଉତକାଳ ବିଶ୍ବ ବିଧ୍ୟାଳୟରୁ ପିଏଚ.ଡି.
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଅରକ୍ଷିତ ଦାସ (ଆନୁମାନିକ ୧୭୮୦ରୁ ୧୭୮୮) ଜଣେ ଓଡ଼ିଆ କବି ଓ ହିନ୍ଦୁ ସନ୍ଥ। ସେ ଓଡ଼ିଶାର ଗଞ୍ଜାମ ଜିଲ୍ଲା ବଡ଼ଖେମୁଣ୍ଡିର ବିଜୟନଗର ଗଡ଼ରେ ଜନ୍ମଗ୍ରହଣ କରିଥିଲେ । ତାଙ୍କର ପିଲାବେଳ ନାମ ଥିଲା ବଲଭଦ୍ର ଦାସ । ପିଳାବେଳୁ ତାଙ୍କର ଧର୍ମଭାବ ଜାଗ୍ରତ ହୋଇଥିଲା । ତାଙ୍କୁ ବାରବର୍ଷ ହୋଇଥିବାବେଳେ ତାଙ୍କରପିତା ପଦ୍ମନାଭ ଦେବ ପାଠ ପରୀକ୍ଷା କରିବା ସମୟରେ ସେ ପିତାଙ୍କୁ କହିଲେ, "ହେ ପିତା ! ମୁଁ ତ ପରମ ପାଠ ପଡୁଛି, ଅନ୍ୟପାଠ ପଢିବାର ପ୍ରୟୋଜନ କ'ଣ ?" ଏହିପରି ଚିନ୍ତାରୁ ନିବୃତ କରିବାପାଇଁ ତାଙ୍କ ପିତା ରାଜକନ୍ୟାକୁ ବିବାହ ଦେବା କଥା କହିବାରୁ ମହାମୁନି କପିଳ ଶୁଭଦେବଙ୍କ ଭଳି ପିତାଙ୍କୁ ପରମ ତତ୍ତ୍ଵ ବୁଝାଇ କହିଲେ, "ହେ ପିତା !
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ଵର ବିଭିନ୍ନ ସ୍ଥାନରୁ ସ୍ଵେଚ୍ଛାସେବକ ମାନଙ୍କ ଅବଦାନଦ୍ଵାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ଵର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ବରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ଵାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ବାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ଵର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ସ୍ଵାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ଵ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ଵଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ଵଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ଵନାଥ ଦତ୍ତ ଓ ଭୁବନେଶ୍ଵରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ଵାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ଵ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ଵାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
ଗୌରାଙ୍ଗ ଚରଣ ଦାସ (୨୬ ଜାନୁଆରୀ ୧୮୯୯ - ୧୯ ଫେବୃଆରୀ ୧୯୭୨) ମହାତ୍ମା ଗାନ୍ଧୀଙ୍କ ନେତୃତ୍ୱରେ ସ୍ୱାଧୀନତା ସଂଗ୍ରାମରେ ଯୋଗଦେଇଥିବା ଓଡ଼ିଶାର କ୍ରାନ୍ତିକାରୀ ସ୍ୱାଧୀନତା ସଂଗ୍ରାମୀ, ସମାଜବାଦୀ ଆନ୍ଦୋଳନ, କୃଷକ ଆନ୍ଦୋଳନ ଓ ଗଡଜାତ ପ୍ରଜା ଆନ୍ଦୋଳନର ନେତା | ସେ ଓଡ଼ିଶା ବିଧାନ ସଭାକୁ ନିର୍ଦ୍ଵନ୍ଦ୍ଵରେ ନିର୍ବାଚିତ ହୋଇଥିଲେ । ଅବିଭକ୍ତ କଟକ ଜିଲ୍ଲାର ଜିଲ୍ଲା ପରିଷଦ ଚେୟାରମାନ ଭାବରେ ମଧ୍ୟ ନିର୍ବାଚିତ ହୋଇଥିଲେ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ବଲାଙ୍ଗୀର ଜିଲ୍ଲାର ପାଟଣାଗଡ ଉପଖଣ୍ଡ ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ପର୍ବତର ପାଦଦେଶରେ ଥିବା ହରିଶଙ୍କର ଉଭୟ ଶୈବପୀଠ ଓ ପ୍ରାକୃତିକ ସୌନ୍ଦର୍ଯ୍ୟ ପାଇଁ ପ୍ରସିଦ୍ଧ । ଏହାର ଦୂରତା ସଦର ମହକୁମାରୁ ପ୍ରାୟ ୮୦ କି.ମି ହେବ । ଗନ୍ଧମାର୍ଦ୍ଦନ ପର୍ବତର ଉତ୍ତରାଞ୍ଚଳରେ ବରଗଡ଼ ଜିଲ୍ଲାର ପ୍ରସିଦ୍ଧ ନୃସିଂହନାଥ ମନ୍ଦିର ଥିବାବେଳେ ଦକ୍ଷିଣରେ ରହିଛି ହରିଶଙ୍କର । ଏହି ପୀଠରେ ହରି ଓ ଶଙ୍କର ଏକାଠି ପୂଜା ପାଉଥିବାରୁ ଏହି ପୀଠର ସ୍ଵତନ୍ତ୍ରତା ରହିଛି । ହରିଶଙ୍କର ମନ୍ଦିର ଏବଂ ନୃସିଂହନାଥ ମନ୍ଦିର ମଧ୍ୟରେ ଅବସ୍ଥିତ ମାଳଭୂମିରେ ବୌଦ୍ଧ ଧର୍ମାଲମ୍ବୀଙ୍କଦ୍ୱାରା ନିର୍ମାଣ କରାଯାଇଥିବା ଧ୍ୱସ୍ତବିଧ୍ୱସ୍ତ ଏକ ପ୍ରାଚୀନ ପରିମଳଗିରି ବିଶ୍ୱବିଦ୍ୟାଳୟ ରହିଛି ।
ପଞ୍ଚଲିଙ୍ଗେଶ୍ଵର ଶିବ ମନ୍ଦିର ଓଡ଼ିଶାର ବାଲେଶ୍ଵର ଜିଲାର ନୀଳଗିରି ପାଖରେ ଥିବା ପଞ୍ଚଲିଙ୍ଗେଶ୍ଵରରେ ଅବସ୍ଥିତ । ଏହି ଲିଙ୍ଗଗୁଡ଼ିକର ଦର୍ଶନ କରିବା ପାଇଁ ଜଣକୁ ପାହାଡ଼଼ି ଚଟାଣ ଭିତରେ ବହିଯାଇଥିବା ଝରଣା ପାଣି ଦେଇ ହାତରେ ଛୁଇଁ ଜାଣିବାକୁ ପଡ଼ିବ । ଏଠାରେ ପାହାଡ଼଼ୀ ଝରଣା ଭିତରେ ପାଞ୍ଚୋଟି ଶିବଲିଙ୍ଗ ପୂଜାପାଉଛନ୍ତି ଯାହାଙ୍କ ନାମ ଅନୁସାରେ ଏହି ଜାଗାର ନାମ ପଞ୍ଚଲିଙ୍ଗେଶ୍ଵର ହୋଇଅଛି ।ବାଲେଶ୍ୱର ସମୁଦ୍ର ଉପକୂଳରେ ବଙ୍ଗୋପସାଗରର ବେଳାଭୂମିକୁ ସାମନ୍ତରାଳଭାବରେ କୁପାରୀ ଠାରୁ ନୀଳଗିରି ପର୍ଯ୍ୟନ୍ତ ପୂର୍ବଘାଟ ପର୍ବତମାଳା ଲମ୍ବିଆସିଛି । ୧୦୦୦ ଫୁଟ ଛୋଟ ଛୋଟ ପାହାଡ଼ "ଦେବଗିରି" ପର୍ବତମାଳାର ପଞ୍ଚେଲିଙ୍ଗେଶ୍ୱର ଏକ ଅଂଶ ବିଶେଷ । ଏହି ଶୈବପୀଠର ପାଦଦେଶରେ ଝରଣାଟିଏ ବହିଯାଇଛି । ଏହି ଜଳସ୍ରୋତ ମଧ୍ୟରେ ଅଦୃଶ୍ୟ ପାଞ୍ଚଗୋଟି ଲିଙ୍ଗ ହେଉଛନ୍ତି ପଞ୍ଚେଲିଙ୍ଗେଶ୍ୱର ପୀଠ । ଭକ୍ତମାନେ ଜଳସ୍ରୋତ ମଧ୍ୟରେ ପଞ୍ଚେଲିଙ୍ଗେଶ୍ୱରଙ୍କୁ ଦର୍ଶନ କରି ପୂଜାକରନ୍ତି । ପ୍ରସ୍ତର ଉପରେ ବସି ପୁଜକ ଶିବଲିଙ୍ଗ ପୂଜା କରିଥାନ୍ତି । ରାଜ୍ୟ ପର୍ଯ୍ୟଟନ ତରଫରୁ ଯାତ୍ରୀନିବାସର ଆନୁସାଙ୍ଗିକ ବ୍ୟବସ୍ଥା ମଧ୍ୟ ରହିଛି । ସରସ୍ୱତୀ ପୂଜା ସମୟରେ ପାଞ୍ଚ ଦିନ ବ୍ୟାପୀ ମେଳା ହୁଏ । ବହୁ ଲୋକ ଏଠାକୁ ଆସି ଦେବଦର୍ଶନ କରିଥାନ୍ତି ଓ ମନୋହାରୀ ଜିନିଷ କିଣିଥାନ୍ତି । ଦେବଗିରି ପର୍ବତର ଶିଖର ଦେଶରେ ମଣ୍ଡଳେଶ୍ୱରୀ ଦେବୀସ୍ଥାନ ରହିନ୍ତି । ଏହାଙ୍କୁ ବର୍ଷାଦେବୀ ମଧ୍ୟ କହାଯାଏ । ବର୍ଷା ନହେଲେ ଦେବୀଙ୍କୁ ପୂଜାକଲେ ବର୍ଷା ହୋଇଥାଏ ବୋଲି ଲୋକବିଶ୍ୱାସ ରହିଛି । ଦେବଗିରି ପର୍ବତମାଳା ପରିବେଷ୍ଟିତ ପର୍ବତର ଶୀର୍ଷଦେଶରୁ ମଙ୍ଗଳପୁର ପ୍ରାଚୀନ ପଥ ଓ ଦୁର୍ଗପର୍ଯ୍ୟନ୍ତ ଏକ ସୁଡ଼ଙ୍ଗ ରହିଛି । ଜନଶୃତି ଅଛି ଯେ ପଞ୍ଚଲିଙ୍ଗେଶ୍ୱର ପାହାଡ଼ର ପାଦଦେଶରୁ ଏହି ସୁଡଙ୍ଗ ରହିଛି ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଲକ୍ଷ୍ମଣ ନାୟକ (୨୨ ନଭେମ୍ବର ୧୮୯୯ - ୨୯ ମାର୍ଚ୍ଚ ୧୯୪୩) ଓଡ଼ିଶାର ଜଣେ ଅଗ୍ରଣି ସ୍ଵାଧୀନତା ସଂଗ୍ରାମୀ । ଆଦିବାସୀ ପାଇଁ ସେ ମାଲକାନାଗିରିର ଗାନ୍ଧି ଭାବେ ପ୍ରସିଦ୍ଧ ଥିଲେ । ଲକ୍ଷ୍ମଣ ନାୟକ ୧୮୯୯ ମସିହା ନଭେମ୍ବର ୨୨ ତାରିଖରେ କୋରାପୁଟ ଜିଲ୍ଲା (ବର୍ତ୍ତମାନର ମାଲକାନଗିରି ଜିଲ୍ଲା)ର ତେନ୍ତୁଲିଗୁମ୍ମା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଲକ୍ଷ୍ମଣ ଥିଲେ ଦ୍ୱିତୀୟ ସନ୍ତାନ, ବଡଭାଇ ସନିଆ ଓ ସାନଭାଇ ଧନ ଭୁମିୟା । ତାଙ୍କ ପିତା ପଦଲମ ନାୟକ ଜାତିରେ ବୀର ଭୁମିୟା ଓ ଚାଷ ଥିଲା ଜୀବିକା । ଗ୍ରାମବାସୀଙ୍କ ମନୋନୟନ ଅନୁଯାୟୀ ତାଙ୍କୁ କୋରାପୁଟ ରାଜା ତୃତୀୟ ବିକ୍ରମଦେବ (ରାଜଗାଦୀ ୧୮୮୯ରୁ ୧୯୨୦ ) ମୁସ୍ତାଦାର ବା ନାୟକ ପଦର ନିୟୁକ୍ତ କରିଥିଲେ । ଦାୟିତ୍ୱ ଥିଲା ତେନ୍ତୁଲିଗୁମା,ବେଜୁଣୀଗୁଡା,ଲେକିଗୁଡା, ଅଅଁଳାଗୁଡାର ଖଜଣା ଆଦାୟ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ଵର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ଭାରତର ସ୍ଵାଧୀନତା ସଂଗ୍ରାମ ଅନ୍ୟତମ ପ୍ରମୁଖ ଘଟଣା "ଲବଣ ସତ୍ୟାଗ୍ରହ " ୧୯୩୦ ମସିହା ମାର୍ଚ୍ଚ ୧୨ ତାରିଖରେ ଗୁଜରାଟ ରାଜ୍ୟର ସମୁଦ୍ର ତଟବର୍ତ୍ତୀ ଗ୍ରାମ ଦାଣ୍ଡୀକୁ ପଦଯାତ୍ରା ସହ ଆରମ୍ଭ ହେଇଥିଲା | ଏହା ପରାଧୀନ ଭାରତରେ ବ୍ରିଟିଶ୍ ସରକାରଙ୍କ ଲବଣ ବ୍ୟବସାୟରେ ଏକଚାଟିଆ ଆଧିପତ୍ୟ ଓ ଲବଣ ଉପରେ ଅତ୍ୟଧିକ ଟିକସ ବିପକ୍ଷରେ ଏକ ଶକ୍ତିଶାଳୀ ଅହିଂସାପୂର୍ଣ ଆନ୍ଦୋଳନ ଥିଲା |ମୋହନଦାସ କରମଚାନ୍ଦ ଗାନ୍ଧୀ (ମହାତ୍ମା ଗାନ୍ଧୀ) ଏହି ଆନ୍ଦୋଳନର ଆରମ୍ଭ କରି ମାର୍ଚ୍ଚ୧୨ ତାରିଖ ସକାଳ ୬:୩୦ରେ ୭୮ ଜଣ ଅନୁଗାମୀଙ୍କ ସହ ପ୍ରାୟ ୨୪୧ ମାଇଲ୍ (୩୯୦ କି.ମି.) ଦୂରରେ ଅବସ୍ଥିତ ଦାଣ୍ଡୀକୁ ଯାତ୍ରା ଆରମ୍ଭ କରିଥିଲେ | ୨୪ ଦିନ ଧରି ଚାଲିଥିବା ଏହି ପଦଯାତ୍ରାରେ କ୍ରମେ ସହସ୍ରାଧିକ ଦେଶବାସୀ ଗାନ୍ଧିଜୀଙ୍କ ସହ ଯୋଗ ଦେଇଥିଲେ |
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ବାମାପଦ ତ୍ରିପାଠୀ ଏବେ ସମାଜର ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ବନ୍ଦେ ମାତରମ ଏକ ରାଷ୍ଟ୍ର ଭକ୍ତି କବିତା ଯାହା ବଙ୍କିମ ଚନ୍ଦ୍ର ଚଟୋପାଧ୍ୟାୟଙ୍କଦ୍ଵାରା ୧୮୮୨ ମସିହାରେ ଆନନ୍ଦ ମଠ ଉପନ୍ୟାସରେ ଲେଖାଯାଇଥିଲା । ଏହା ସଂସ୍କୃତ ଓ ବଙ୍ଗଳା ଭାଷାର ମିଶାମିଶି ଭାଷାରେ ଲେଖାଯାଇଥିଲା । ଏହି କବିତାଟି ଏକ ଜଣାଣ ଅଟେ ଯେଉଁଥିରେ ମା ଦୁର୍ଗାଙ୍କୁ ଭାରତ ମାତାଙ୍କ ଅବତାର ସହିତ ତୁଳନା କରି ତାଙ୍କ ବନ୍ଦନା କରାଯାଇଛି । ଭାରତୀୟ ସ୍ଵାଧୀନତା ସଂଗ୍ରାମରେ ଏହି କବିତାର ଭୂମିକା ଅନେକ । ଏହି କବିତାଟିକୁ ପ୍ରଥମ ଥର ପାଇଁ ରବୀନ୍ଦ୍ରନାଥ ଠାକୁର ୧୮୯୬ର କଂଗ୍ରେସ ଅଧିବେସନରେ ଆବୃତ୍ତି କରିଥିଲେ । ୧୯୫୦ରେ ଭାରତ ଯେତବେଳେ ଏକ ଗଣତାନ୍ତ୍ରିକ ଦେଶ ଭାବେ ପରିଚୟ ପାଇଲା ସେତବେଳେ ଏହି କବିତାର ଦୁଇଟି ଛନ୍ଦ ସରକାରୀ ଭାବରେ ଭାରତ ଗଣରାଜ୍ୟର ରାଷ୍ଟ୍ର ଗାନ କରିଦିଆଗଲା ।
ଝାନସୀର ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ଵାଧୀନତା ସଂଗ୍ରାମର ଜଣେ ନାୟିକା । ସ୍ଵଦେଶ ଓ ସ୍ଵଜାତିକୁ ପରାଧୀନତାର ଶକ୍ତ ବନ୍ଧନରୁ ମୁକ୍ତ କରିବା ପାଇଁ ଯେଉଁ ନାରୀମାନେ ଆଗକୁ ମାଡି ଆସିଥିଲେ ସେମାନଙ୍କ ମଧ୍ୟରେ ଲକ୍ଷ୍ମୀବାଈ ଅଗ୍ରଗଣ୍ୟା। ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗ ଚାଳନା, ଅଶ୍ଵାରୋହଣ, ବିଭିନ୍ନ୍ ପ୍ରକାର ଶାରୀରିକ ବ୍ୟାୟମ,ଦୁର୍ଦ୍ଦାନ୍ତ ହସ୍ତୀ ମାନଙ୍କୁ ଆୟତ କରିବା ଆଦି ପୁରୁଷ ସୁଲଭ କଳାରେ ସେ ପାରଙ୍ଗମ ଥିଲେ।
ବାଲୁଙ୍କେଶ୍ୱର ମନ୍ଦିର ଓଡ଼ିଶାର ଯାଜପୁର ଜିଲ୍ଲାର ଥିବା କଷବା-ଷାଠିବାଟିରେ ଅବସ୍ଥିତ ଏକ ପୁରାତନ ଶିବ ମନ୍ଦିର । ଏଠାରେ ବାଲୁଙ୍କେଶ୍ୱର ପୂଜା ପାଇଥାନ୍ତି । ଆଗରୁ କଷବା ଓ ଷାଠିବାଟିରେ ବହୁଥିବା ଜୁଣେଇ ନଦୀର ଶୁଖିଲା ଶଯ୍ୟାରେ ଏହି ମନ୍ଦିରଟି ସ୍ଥାପନ ହୋଇଥିଲା । ଏହା ଏକାଦଶ ଶତାବ୍ଦୀରେ ସ୍ଥାପିତ ହୋଇଥିଲା । ଯାଜପୁରର କଇଆଁଗୋଲା ରାସ୍ତାର ମଙ୍ଗଳପୁରଠାରୁ ବଡକୁଆଁଲ ରାସ୍ତାରେ ୧.୫ କି.ମି.ଗଲେ ଥାଲକୁଡ଼ି ପଞ୍ଚାୟତର କଷବା ଏବଂ ପାଲଟପୁର ପଞ୍ଚାୟତର ଷାଠିବାଟିରେ ବାଲୁଙ୍କେଶ୍ୱର ମନ୍ଦିର ରହିଛି ।
କାର୍ଲ ହେନେରିକ ମାର୍କସ (୫ ମଇ ୧୮୧୮-୧୪ ମାର୍ଚ ୧୮୮୩) ଜଣେ ଜର୍ମାନୀୟ ଦାର୍ଶନିକ, ଅର୍ଥଶାସ୍ତ୍ରୀ, ସମାଜବାଦୀ, ଐତିହାସିକ ତଥା ସାମ୍ୟବାଦର ପ୍ରଣେତା ଥିଲେ । ଅର୍ଥନୀତିରେ ମାର୍କସଙ୍କ ଗବେଷଣା, ଶ୍ରମିକ ବର୍ଗର ଅର୍ଥନୈତିକ ଅବସ୍ଥା ବୁଝିବା ପାଇଁ ମୂଳଦୁଆ କୁହାଯାଇପାରେ ଏବଂ ଏହା ପରବର୍ତ୍ତୀ ସମୟରେ ଅନେକ ଅର୍ଥଶାସ୍ତ୍ରୀୟ ଚିନ୍ତାଧାରାକୁ ପ୍ରଭାବିତ କରିଛି । ସେ ତାଙ୍କ ଜୀବନକାଳ ମଧ୍ୟରେ ଅନେକ ପୁସ୍ତକର ରଚନା କରିଥିଲେ ଯେଉଁଗୁଡ଼ିକ ମଧ୍ୟରୁ ଦି କମ୍ୟୁନିଷ୍ଟ ମ୍ୟାନିଫେଷ୍ଟୋ (୧୮୪୮) ଏବଂ ଦାସ କ୍ୟାପିଟାଲ ବହୁ ଗୁରୁତ୍ତ୍ୱପୂର୍ଣ୍ଣ ।
୧୮୧୭ ମସିହାରେ ଇଂରେଜ ସରକାର ବିରୁଦ୍ଧରେ ଓଡ଼ିଶାରେ ପ୍ରଥମ ବିଦ୍ରୋହ ହୋଇଥିଲା , ଯାହାର ନାମ ପାଇକ ବିଦ୍ରୋହ ବା ଖୋର୍ଦ୍ଧା ବିଦ୍ରୋହ । ଏହାକୁ ପାଇକ ବିଦ୍ରୋହ କୁହାଯାଉଥିଲେହେଁ ପ୍ରକୃତରେ ଏହା ଥିଲା ଭାରତର ପହିଲି ସ୍ୱାଧୀନତା ଲଢ଼େଇ । ଏହାର ନେତୃତ୍ୱ ନେଇଥିଲେ ସଂଗ୍ରାମ ବୀର ବକ୍ସି ଜଗବନ୍ଧୁ ବିଦ୍ୟାଧର ମହାପାତ୍ର ଭ୍ରମରବର ରାୟ । ନିଜର ଯୋଗ୍ୟତା ବଳରେ ସେ ଖୋର୍ଦ୍ଧା ରାଜାଙ୍କର ସେନାପତି ହୋଇପାରିଥିଲେ । ପାଇକ ସର୍ଦାରମାନଙ୍କର ସମ୍ମିଳିତ ସହଯୋଗରେ ୧୮୧୭ ମସିହାରେ ସେ ପାଇକ ବିଦ୍ରୋହର ନେତୃତ୍ବ ନେଇଥିଲେ । ଇଂରେଜମାନଙ୍କର କଠୋର ଦମନ ନୀତି ସତ୍ତ୍ୱେ ବକ୍ସିଙ୍କ ବୀରତ୍ୱ ଓ ପାଇକମାନଙ୍କର ମିଳିତ ସଂଘର୍ଷ ଯୋଗୁଁ ବିଦ୍ରୋହ ଦମନ କରିବା ସହଜ ହୋଇନଥିଲା । ଦୀର୍ଘଦିନ ଧରି ସଂଗ୍ରାମ ଚାଲୁ ରଖିବାପରେ ଅନେକ ପାଇକ ସର୍ଦାର ଧରାପଡ଼ି ଦ୍ୱୀପାନ୍ତର ଦଣ୍ଡ ଭୋଗିଥିଲେ । ବହୁଦିନ ଜଙ୍ଗଲରେ ଲୁଚି ସଂର୍ଘଷ କରିବା ପରେ ବକ୍ସି ନିଜେ ଆତ୍ମ ସମର୍ପଣ କରିଥିଲେ ।
ନାଲଟ୍ରେକ୍ସୋନ (ଇଂରାଜୀ ଭାଷାରେ Naltrexone, ବ୍ୟବସାୟୀକ ନାମମାନଙ୍କ ମଧ୍ୟରୁ ରେଭିଟା ଓ ଭିଭିଟ୍ରଲ ଅନ୍ୟତମ) ଏକ ଔଷଧ (medication) ଯାହା ଆଲକୋହୋଲ (alcohol) ବା ଓପିଅଏଡ ନିର୍ଭରତାର (opioid dependence) ଚିକିତ୍ସା ନିମନ୍ତେ ବ୍ୟବହାର କରାଯାଏ । ଡିଟକ୍ସିଫିକେସନ ପୂର୍ବରୁ ନାଲଟ୍ରେକ୍ସନ ଦେବା ଉଚିତ ନୁହେଁ । ଏହା ପାଟିରେ ବା ମାଂସପେଶୀ ଇଞ୍ଜେକସନ (injection into a muscle) ଆକାରରେ ଦିଆଯାଏ । ଏହାର ପ୍ରଭାବ ୩୦ ମିନିଟ ମଧ୍ୟରେ ଆରମ୍ଭ ହୋଇଯାଏ । ଓପିଅଏଡ କାମନା କମିବାକୁ କିଛି ସପ୍ତାହ ଲାଗିଯାଏ ।ଏହାର ପାର୍ଶ୍ୱ ପ୍ରତିକ୍ରିୟାରେ ନିଦ୍ରା ସମସ୍ୟା (trouble sleeping), ଉତ୍କଣ୍ଠା (anxiety), ଅଇ (nausea) ଓ ମୁଣ୍ଡ ବିନ୍ଧା ହୋଇପାରେ । ଓପିଅଏଡ ଗ୍ରହଣ କରୁଥିବା ବ୍ୟକ୍ତିର ଉଇଥଡ୍ରାଆଲ ଲକ୍ଷଣ (opioid withdrawal) ଦେଖାଯାଇପାରେ । ଯକୃତ ଫେଲ en:liver failure ହୋଇଥିଲେ ଏହା ଦିଆଯାଏ ନାହିଁ । ଗର୍ଭାବସ୍ଥାରେ ଏହାର ନିରାପତ୍ତା ବିଷୟ ସ୍ପଷ୍ଟ ହୋଇନାହିଁ । ନାଲଟ୍ରେକ୍ସୋନ ଏକ ଓପିଅଏଡ ଆଣ୍ଟାଗୋନିସ୍ଟ ଯାହା ଓପିଅଏଡ ପ୍ରଭାବକୁ ଅବରୋଧ କରେ ।ସନ ୧୯୫୫ରେ ପ୍ରସ୍ତୁତ ହୋଇଥିବା ନାଲଟ୍ରେକ୍ସୋନ ସନ ୧୯୮୪ରେ ଡାକ୍ତରୀ ବ୍ୟବହାର ନିମନ୍ତେ ସ୍ୱୀକୃତ ହୋଇଥିଲା । ୨୦୧୭ରେ ଏହାର ଦୈନିକ ହୋଲସେଲ ମୂଲ୍ୟ ୦.୭୪ ଆମେରିକୀୟ ଡଲାର ଥିଲା । ବର୍ଦ୍ଧିଷ୍ଣୁ ମୁକ୍ତ ହେଉଥିବା ଔଷଧର ମାସକ ଖର୍ଚ୍ଚ ପ୍ରାୟ ୧,୨୬୭ । ବୁପ୍ରୋପିଅନ/ନାଲଟ୍ରାକ୍ସନ (bupropion/naltrexone) ଭଳି ଏହା ମଧ୍ୟ ମୋଟାପଣର ଚିକିତ୍ସା ନିମନ୍ତେ ମଧ୍ୟ ବ୍ୟବହାର କରାଯାଏ ।
ଲୈଲା ଓ ଲୈଲା, ୨୦୧୭ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ସୀତାରମ ଅଗ୍ରୱାଲ । ସିଦ୍ଧାର୍ଥ ଅଗ୍ରୱାଲ ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ । ନିର୍ମଳ ନାୟକ ଏହି କଥାଚିତ୍ରଟିର ସଂଳାପ ଏବଂ ଚିତ୍ରନାଟ୍ୟ ରଚନା କରିଥିଲେ । ସୁଶାନ୍ତ ମଣି ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତ ନିର୍ଦ୍ଦେଶକ ବୈଦ୍ୟନାଥ ଦାସ ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ । ଏହି କଥାଚିତ୍ରଟି ୨୦୧୮ ମସିହା ନୂଆବର୍ଷ ପୂର୍ବରୁ ଡିସେମ୍ବର ୨୯ରେ ମୁକ୍ତିଲାଭ କରିବାର ଅଛି ।ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ସ୍ୱରାଜ ବାରିକ ଏବଂ ସନ୍ମୀରା ନାଗେଶ ।
ଶ୍ରୀ ଅରବିନ୍ଦ (ବଙ୍ଗାଳୀ - শ্রী অরবিন্দ - Sri Ôrobindo) ହେଉଛନ୍ତି ଏକାଧାରରେ ଜଣେ ଯୋଗୀ, ଗୁରୁ, କ୍ରାନ୍ତିକାରୀ, ସ୍ୱାଧୀନତା ସଂଗ୍ରାମୀ, ଦାର୍ଶନିକ ତଥା କବି । ସେ ୧୫ ଅଗଷ୍ଟ ୧୮୭୨ ମସିହାରେ ଇଂରେଜ ଶାସନାଧୀନ ଭାରତର କଲିକତା ନଗରରେ ଭୂମିଷ୍ଠ ହୋଇଥିଲେ । ମାନବ ଜାତିର ପୂର୍ଣାଙ୍ଗ ଅଭ୍ୟୁଦୟ ସମ୍ବନ୍ଧରେ ନିଜର ଦର୍ଶନ ବିକଶିତ ହେବା ଆଗରୁ ସେ ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଯୋଗଦାନ କରି ସେ ଜଣେ ମହାନ ନେତା ହିସାବରେ ପରିଚିତ ହୋଇ ଅଛନ୍ତି। ସେ ସଶସ୍ତ୍ର ସଂଗ୍ରାମରେ ବିଶ୍ୱାସୀ ଥିଲେ । ଶ୍ରୀ ଅରବିନ୍ଦଙ୍କ ଦର୍ଶନର ମୂଳ ତତ୍ୱ ହେଉଛି ସାଧାରଣ ମାନବ ଜୀବନକୁ ଦିବ୍ୟ ଜୀବନରେ ରୂପାନ୍ତରଣ କରିବା । ସେ କହିଛନ୍ତି, ‘ମଣିଷ ହେଉଛି ଏକ ବିକାଶୋନ୍ମୁଖୀ ସତ୍ତା। ସେ ପୂର୍ଣ ବିକଶିତ ନୁହେଁ। ମାନସରୁ ଅତିମାନସ ପର୍ଯ୍ୟନ୍ତ ବିକାଶ ହେଉଛି ବିଶ୍ୱ ଚେତନା ଉତ୍ତରଣର ପରବର୍ତୀ ମାଇଲ ଖୁଣ୍ଟ । ଆଉ ଏହା ଅତି ଆବଶ୍ୟକ କାରଣ ଏହା ହେଉଛି ଅନ୍ତରାତ୍ମାର ମୂଳ ଉଦ୍ଦେଶ୍ୟ ଓ ନୈସର୍ଗିକ ନିୟମ।’ ଏହିପରି ଭାବରେ ଶ୍ରୀ ଅରବିନ୍ଦ ‘ମୁକ୍ତି’କୁ ଏକ ଭିନ୍ନ ରୂପରେ ପ୍ରତି ପାଦନ କରିଛନ୍ତି, ଯାହା ବୈୟକ୍ତିକ ନୁହେଁ ବରଂ ସାମଗ୍ରିକ, ସମ୍ପୂର୍ଣ ମାନବ ସମାଜର ଉତ୍ତରଣରେ ବିଶ୍ୱାସୀ। ପ୍ରାଚ୍ୟ ଓ ପାଶ୍ଚାତ୍ୟ ଦର୍ଶନ, ଧର୍ମ, ସାହିତ୍ୟ ଓ ମନୋବିଜ୍ଞାନର ସମନ୍ୱୟ ଶ୍ରୀ ଅରବିନ୍ଦଙ୍କ ଲେଖାରେ ଦେଖିବାକୁ ମିଳେ। ଶ୍ରୀ ଅରବିନ୍ଦଙ୍କ କୃତି ଭିତରେ ଦର୍ଶନ, କାବ୍ୟ, ବେଦ, ଉପନିଷଦ ଏବଂ ଗୀତା ଆଦିର ଅନୁବାଦ ଓ ଟୀକା, ନାଟକ, ସାମାଜିକ, ରାଜନୈତିକ ଓ ଐତିହାସିକ ସମାଲୋଚନା, ଆଧ୍ୟାତ୍ମିକ ଲେଖା, ପତ୍ର ପତ୍ରିକା ଓ ପତ୍ରାବଳୀ ଆଦି ଅନ୍ତର୍ଭୁକ୍ତ। ତାଙ୍କର ସାହିତ୍ୟିକ ସୃଷ୍ଟି ଦର୍ଶନ, କାବ୍ୟ ଓ ନାଟକୀୟତାରେ ଏକ ମଧୁର ସମନ୍ୱୟରେ ସୁଗଠିତ ଯାହା କିଞ୍ଚିତ୍ ଜଟିଳ, ଓ ସହଜରେ ବୋଧଗମ୍ୟ ନୁହେଁ। ତାଙ୍କର କତିପୟ ରଚନା ବଳି ନିମ୍ନରେ ପ୍ରଦତ୍ତ ହେଲା। ଦ ଲାଇଫ ଡିଭାଇନ The Life Divine (1940), ଦ ହ୍ୟୁମାନ ସାଇକଲ The Human Cycle (1949), ଦ ଆଇଡିଆଲ ଅଫ ହ୍ୟୁମାନ ୟୁନିଟି The Ideal of Human Unity (1949), ଅନ ଦି ବେଦ On the Veda (1956), କଲେକ୍ଟେଡ ପଏମସ ଏଣ୍ଡ ପ୍ଲେଜCollected Poems and Plays (1942), ଏସେଜ ଅନ ଦି ଗୀତାEssays on the Gita (1928), ଦ ସିନ୍ଥେସିସ ଅନ ଯୋଗ The Synthesis of Yoga (1948), and ସାବିତ୍ରୀ : ଏ ଲିଜେଣ୍ଡ ଏଣ୍ଡ ଏ ସିମ୍ବଲ Savitri: A Legend and a Symbol (1950).
ଯୋଗ (ଇଂରାଜୀ:Yoga ( /ˈjoʊɡə/; ସଂସ୍କୃତ: योग, Listen) ପ୍ରାଚୀନ ଭାରତରେ ପ୍ରାୟ ୬୦୦୦ ବର୍ଷ ପୂର୍ବେ ବିକଶିତ ହୋଇଥିବା ଶରୀର,ମନ ଓ ଆତ୍ମାକୁ ସଂଯମ କରିବାର ଏକ ଆଧ୍ୟାତ୍ମିକ ପଦ୍ଧତି । ଯୋଗର ଅନେକ ଅନେକ ଶାଖା ଓ ଅଭ୍ୟାସ ରହିଛି । ଏହାର ହିନ୍ଦୁଧର୍ମ, ବୌଦ୍ଧଧର୍ମ ଓ ଜୈନଧର୍ମରେ ବିଭିନ୍ନ ସାଧନା ମାର୍ଗ ରହିଛି । ଯୋଗର ବହୁ ଶାଖା ମଧ୍ୟରେ ରାଜଯୋଗ ଓ ହଠଯୋଗ ବିଶେଷ ପ୍ରସିଦ୍ଧ ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ପୌରାଣିକ ମତେ ହନୁମାନ ସୁଗ୍ରୀବଙ୍କ ଭଣଜା ଓ ରାମଚନ୍ଦ୍ରଙ୍କ ଶ୍ରେଷ୍ଠ ଭକ୍ତଭାବେ ପରିଚିତ । ଏହାଙ୍କ ମାତାଙ୍କ ନାମ ଅଞ୍ଜନା; ଏ ବାୟୁଦେବତାଙ୍କ ପୁତ୍ର । ଏ ପ୍ରଥମେ ବାଳିଙ୍କର ସେନାପତି ଥିଲେ, ପରେ ବାଳିଙ୍କର ରାଜ୍ୟରୁ ବିତାଡ଼ନ ପରେ ଏ ସୁଗ୍ରୀବଙ୍କର ପାରିଷଦ ହେଲେ ସୀତାହରଣ ପରେ ରାମଚନ୍ଦ୍ରଙ୍କର ସୁଗ୍ରୀବଙ୍କ ସଙ୍ଗେ ମିତ୍ରତା ହେବାରୁ ଏ ସୀତାଙ୍କୁ ଠାବ କରିବାକୁ ଦୂତରୂପେ ଦକ୍ଷିଣକୁ ଯାଇ ଲଙ୍କାରେ ଅଶୋକବନରେ ସୀତାଙ୍କୁ ଠାବ କରି, ତାଙ୍କୁ ଶ୍ରୀରାମଙ୍କ ସଂବାଦ ଦେଇ, ତାଙ୍କଠାରୁ ଲେଉଟ ସଂବାଦ ଓ ସଂଙ୍କେତ ଆଣି ଶ୍ରୀରାମଙ୍କୁ ଦେଇଥିଲେ । ଏ ଅତ୍ୟନ୍ତ ବଳଶାଳୀ ଥିଲେ ଓ ଭାରତବର୍ଷରୁ ଲଙ୍କାକୁ ଡେଇଁଥିଲେ ଲକ୍ଷ୍ମଣଙ୍କ ଶକ୍ତିଭେଦ ହେବାରୁ ଏ ଅମରଔଷଧି ଆଣିବାକୁ ଯାଇ ଗନ୍ଧମାର୍ଦ୍ଦନ ପର୍ବତକୁ ଉପାଡ଼ି ନିଜ ମୁଣ୍ଡରେ ବୋହି ଲଙ୍କାକୁ ଆଣିବାରୁ ଲକ୍ଷ୍ମଣଙ୍କର ପ୍ରାଣରକ୍ଷା ହେଲା । ଏ ରାବଣଙ୍କ ରାକ୍ଷସ ସେନା ସଙ୍ଗେ ଖୁବ୍ ବୀରତା ସହକାରେ ୟୁଦ୍ଧ କରି ଥିଲେ ରାମଚନ୍ଦ୍ର ଦେହ ତ୍ୟାଗ କରିବା ସମଯରେ ଏହାଙ୍କୁ ଅମରବର ଦେଇଥିଲେ । କଥିତ ଅଛି ଯେ, ଲଙ୍କା ପୋଡ଼ିବା ପରେ ହନୁମାନ୍ ନିଜ ଲାଙ୍ଗୁଡ଼ରେ ଜଳୁଥିବା ନିଆଁକୁ ହାତରେ ଓ ଗୋଡ଼ରେ ମଳି ଲିଭାଇ ଦେଇ ସେହି କରତଳକୁ ମୁଁହରେ ବୋଳି ଦେବାରୁ ତାଙ୍କ ମୁହଁ କଳା ପଡ଼ିଗଲା ଓ ତଦବଧି ତାଙ୍କ ବଂଶଧରମାନେ (ହନୁମାଙ୍କଡ଼) ମୁହଁପୋଡ଼ା ବାନ୍ଦର ହେଲେ । ଦ୍ଵାପର ଯୁଗରେ ଭୀମଙ୍କ ସଙ୍ଗେ ଗନ୍ଧମାର୍ଦ୍ଦନ ପର୍ବତରେ ଏହାଙ୍କର ଭେଟ ହୋଇଥିଲା । ହିନ୍ଦୁମାନେ ଏହାଙ୍କୁ 'ମହାବୀର' ଠାକୁର ରୁପରେ ପୁଜା କରନ୍ତି ।
ପାରମ୍ପରିକ ଭାରତୀୟ ସମାଜରେ , ମହାଲିଙ୍ଗ ଭଗବାନ ମହାଦେବ (ଶିବ)ଙ୍କର ଶକ୍ତି ଏବଂ ଅସ୍ଫୁଟର ଏକ ପ୍ରତୀକ ଅଟେ । ମହା ଶିବଲିଙ୍ଗର ଅର୍ଥ ହେଉଛି ଭଗବାନ ଶିବ (ମହାଦେବ)ଙ୍କ ଆଦି-ଅନାଦୀ ସ୍ୱରୂପ । ଶୂନ୍ୟ , ଆକାଶ , ଅନନ୍ତ ବ୍ରହ୍ମାଣ୍ଡ ଏବଂ ନିରାକାର ପରମ ପୁରୁଷଙ୍କ ପ୍ରତୀକ ହୋଇଥିବାରୁ ଏହାକୁ ଲିଙ୍ଗ କୁହାଗଲା । ସ୍କନ୍ଦ ପୁରାଣରେ କୁହାଯାଇଛି , ଆକାଶ ସ୍ୱୟଂ ଲିଙ୍ଗ ଅଟେ । ଧରତୀ ତାହାର ପୀଠ କିମ୍ବା ଆଧାର ଅଟେ ଏବଂ ସମସ୍ତ ଅନନ୍ତ ଶୂନ୍ୟରୁ ଜନ୍ମ ହୋଇଛନ୍ତି , ସେଥିରେ ଲୟ ହେବା କାରଣରୁ ତାହାଙ୍କୁ ଲିଙ୍ଗ କୁହାଗଲା । ବାତାବରଣ ସହିତ ଘୁରୁଥିବା ପୃଥିବୀ କିମ୍ବା ଅନନ୍ତ ବ୍ରହ୍ମାଣ୍ଡ (ବ୍ରହ୍ମାଣ୍ଡ ଗତିମାନ ଅଟେ)ର ଅକ୍ଷ/ଘୁରୀ (axis) ହିଁ ଲିଙ୍ଗ ଅଟେ ।
ପରଜା ଭାରତୀୟ ଉପନ୍ୟାସ ସାହିତ୍ୟରେ ଏକ ଅଭିଜାତ ଅଭିବ୍ୟକ୍ତି । ଏହା ବିଭିନ୍ନ ଭାରତୀୟ ଭାଷାରେ ତଥା ଇଂରାଜୀରେ ମଧ୍ୟ ଅନୁବାଦିତ ହୋଇସରିଛି । ଇଂରାଜୀରେ ଏହାର ଅନୁବାଦ କରିଥିଲେ ପ୍ରଫେସର ବିକ୍ରମ ଦାସ । ନିରୁତା ଓଡ଼ିଆ ଭାଷାରେ ଲେଖାଯାଇଥିବାରୁ ଅନୁବାଦକମାନଙ୍କୁ ଏଥିପାଇଁ ବହୁ ଶ୍ରମ ସ୍ଵୀକାର କରିବାକୁ ପଡ଼ିଥିଲା । ଏହାର ପ୍ରଥମ ପ୍ରକାଶ ସମୟରେ ଲେଖକ ଗୋପୀନାଥ ମହାନ୍ତି ଯୁବକ ଥିଲେ । ବହିଟିର ପ୍ରକାଶକ ଲେଖିଥିଲେ "ଉପନ୍ୟାସ ଭିତରକୁ ଭେଦିଗଲେ ଲାଗେ ସତେଯେପରି ତରୁଣ କବି ଗୋପୀନାଥଙ୍କ ଆଗ୍ନେୟ ଅନୁଭବର ଅନୁପମ ଆଲେଖ୍ୟ ।"ପରଜାର ମୁଖ୍ୟ ବିଭାବ ହେଲା ବାସ୍ତବବାଦୀ ଉପନ୍ୟାସ । ବିଂଶ ଶତାବ୍ଦୀର ମଧ୍ୟଭାଗରେ ଏହିପରି ଉପନ୍ୟାସର ଚାହିଦା ଫ୍ରାନସ ତଥା ୟୁରୋପର ଅନ୍ୟାନ୍ୟ ପ୍ରାନ୍ତରେ ବହୁତ ପରିଲକ୍ଷିତ ହେଉଥିଲା ।
ବିଟ କଏନ ଏକ ଗୁପ୍ତ ମୁଦ୍ରା ବା ଅଦୃଶ୍ୟ କ୍ୟାଶ ଅଟେ । ଏହାକୁ ଅନଲାଇନ ୱାଲେଟ ମଧ୍ୟ କୁହାଯାଏ । ଅନଲାଇନରେ ଦ୍ରବ୍ୟ କ୍ରୟ ପାଇଁ ଏହାକୁ ବ୍ୟବହାର କରାଯାଏ । ସାଂଖିକ ଦେଣନେଣ ( ଡିଜିଟାଲ ପେମେଣ୍ଟ )ର ଏହା ଏକ ମାଧ୍ୟମ ଅଟେ । ବିଟ କଏନଦ୍ୱାରା ବିଶ୍ୱର ଯେକୌଣସି ସ୍ଥାନରୁ ସିଧାସଳଖ କିଣାବିକା କରାଯାଇ ପାରେ । ଏକ ଅଜ୍ଞାତ ପ୍ରୋଗ୍ରାମର କିମ୍ବା ସତୋଶୀ ନାକାମୋତୋ ନାମକ ଏକ ପ୍ରୋଗ୍ରାମର ଗୋଷ୍ଠୀ ଦ୍ବାରା ଉଦ୍ଭାବିତ ହୋଇଥିଲା । ଏହାକୁ ଓପନ ସୋର୍ସରେ ୨୦୦୯ ମସିହାରେ ଛଡ଼ାଯାଇଥିଲା ।