ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ଵର ବିଭିନ୍ନ ସ୍ଥାନରୁ ସ୍ଵେଚ୍ଛାସେବକ ମାନଙ୍କ ଅବଦାନଦ୍ଵାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ଵର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ବରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ଵାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ବାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ଵର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଭରତୀୟ ଜାତୀୟ କଂଗ୍ରେସ (ପ୍ରାୟତଃ କଂଗ୍ରେସ ପାର୍ଟି ବୋଲି ଜଣାଯାଏ ) ଭାରତର କୋଣ ଅନୁକୋଣରେ ଥିବା ଏକ ବଡ ରାଜନୈତିକ ଦଳ ଅଟେ । ୧୮୮୫ ମସିହାରେ ଏହି ଦଳଟି ପ୍ରତିଷ୍ଠିତ ହୋଇଥିଲା । ଏହା ହେଉଛି ପ୍ରଥମ ଦଳ ଯାହା ବ୍ରିଟିଶ ଶାଶକଙ୍କୁ ଏସିଆ ଓ ଆଫ୍ରିକାରୁ ଔପନାସିକବାଦରୁ ଓହରିଯିବା ନିମିତ୍ତ ଆନ୍ଦୋଳନ କରିଥିଲା । ଅନେକ ରାଜ୍ୟ ସରକାରରେ ମଧ୍ୟ ଏହା ଏକ ଶକ୍ତିଶାଳୀ ଦଳ ଅଟେ । ୨୦୦୪ ରୁ ୨୦୧୪ ପର୍ଯ୍ୟନ୍ତ କଂଗ୍ରେସର ମେଣ୍ଟ ସରକାର ୟୁ.ପି.ଏ.
ଆବୁଲ କଲାମ ଆଜାଦ (୧୧ ନଭେମ୍ବର ୧୮୮୮- ୨୨ ଫେବୃଆରୀ ୧୯୫୮)ବା ମୌଲାନା ସୟୀଦ ଅବୁଲ କାଲାମ ଗୁଲାମ ମୁହିୟୁଦ୍ଦିନ ଅଦମଦ ବିନ ଖୈରୁଦ୍ଦିନ ଅଲ୍-ଦୁସୈନି ଆଜାଦ (ପୁରା ନାମ) ଥିଲେ ଜଣେ ଭାରତୀୟ ବୁଦ୍ଧିଜୀବି ତଥା ଭାରତୀୟ ସ୍ୱାଧୀନତା ସଂଗ୍ରାମ ସମୟରେ ଜାତୀୟ କଂଗ୍ରେସର ବରିଷ୍ଠ ମୁସଲିମ ନେତା । ମୌଲାନ ଆଜାଦ ନାମରେ ପ୍ରସିଦ୍ଧ ଏହି ନେତା ଥିଲେ ସ୍ୱାଧୀନତା ପରବର୍ତ୍ତୀ ଭାରତରେ ସେ ପ୍ରଥମ ଶିକ୍ଷାମନ୍ତ୍ରୀ । ମୌଲାନା ହେଉଛି ତାଙ୍କୁ ପ୍ରଦତ୍ତ ଏକ ସମ୍ମାନାସ୍ପଦ ଉପାଧୀ ଏବଂ ସେ ତାଙ୍କ ନାମରେ ଆଜାଦ (ଅର୍ଥାତ- ମୁକ୍ତ) ଯୋଡିଦେଇଥିଲେ । ଭାରତୀୟ ଶିକ୍ଷା ବ୍ୟବସ୍ଥାକୁ ଏକ ନୂତନ ରୂପରେଖ ଦେବାରେ ତାଙ୍କର ଅବଦାନକୁ ଚିର ସ୍ମରଣୀୟ କରିବା ପାଇଁ ପ୍ରତିବର୍ଷ ତାଙ୍କ ଜନ୍ମ ଦିନକୁ ଭାରତରେ ଜାତୀୟ ଶିକ୍ଷା ଦିବସ ରୂପେ ପାଳନ କରାଯାଉଛି ।ଯୁବକ ସମୟରୁ ଆଜାଦ କବିତା ରଚନା କରିବା ତଥା ଧର୍ମ ଏବଂ ଦର୍ଶନ ସମ୍ବନ୍ଧୀୟ ଗ୍ରନ୍ଥ ରଚନା କରିବାରେ ସିଦ୍ଧହସ୍ତ ଥିଲେ । ଜଣେ ସାମ୍ବାଦିକ ଭାବେ ବ୍ରିଟିଶ ରାଜ ସମୟର ମହତ୍ତ୍ୱପୂର୍ଣ୍ଣ ଘଟଣା ସବୁର ସମୀକ୍ଷା କରିବା ସହ ଭାରତୀୟଙ୍କ ମନରେ ଜାତୀୟତା ଭାବ ଉଦ୍ରେକ କରିବାରେ ତାଙ୍କର ଅନେକ ଲେଖା ତତକାଳୀନ ସମୟରେ ବହୁ ବିଜ୍ଞ ବ୍ୟକ୍ତିଙ୍କ ଦ୍ୱାରା ଆଦୃତ ହେବା ସହ ତାଙ୍କର ପ୍ରଚଣ୍ଡ ବୁଦ୍ଧିମତ୍ତାର ପରିଚୟ ପ୍ରଦାନ କରିଥିଲା । ଖିଲାଫତ ଆନ୍ଦୋଳନର ନେତୃତ୍ୱ ନେବାବେଳେ ସେ ମହତ୍ମା ଗାନ୍ଧୀଙ୍କ ନିକଟ ସଂସ୍ପର୍ଶରେ ଆସିଥିଲେ । ଏହାପରେ ସେ ଗାନ୍ଧୀଙ୍କ ଅହିଂସା ତତ୍ତ୍ୱର ଏକ ଉତ୍ସାହୀ ସମର୍ଥକ ପାଲଟିଯାଇଥିଲେ ଏବଂ ସ୍ୱଦେଶୀ ଏବଂ ସ୍ୱରାଜ ସମ୍ବନ୍ଧରେ ଗାନ୍ଧୀଙ୍କ ବିଚାରଧାରା ପ୍ରଚାର କରିବାରେ ନିଜର ପ୍ରତିବଦ୍ଧତା ପରିପ୍ରକାଶ କରିଥିଲେ । ୧୯୨୩ ମସିହାରେ ମାତ୍ର ୩୫ ବର୍ଷ ବୟସରେ ସେ ଭାରତୀୟ ଜାତୀୟ କଂଗ୍ରେସର ସଭାପତି ପଦ ଅଳଂକୃତ କରି ନିଜର ଦକ୍ଷତା ପ୍ରତିପାଦନ କରିପାରିଥିଲେ ।
୨୦୧୮ କେରଳ ବନ୍ୟା ୨୦୧୮ ମସିହା ଅଗଷ୍ଟ ମାସରେ ମୌସୁମୀ ଯୋଗୁଁ ଭାରତର କେରଳଠାରେ ଅତ୍ୟଧିକ ବର୍ଷା ହେତୁ ହୋଇଥିଲା । ଏଥିରେ ୩୨୪ ରୁ ଅଧିକ ଲୋକ ପ୍ରାଣ ହରାଇସାରିଲେଣି ଏବଂ ପାଖାପାଖି ୨,୦୦,୦୦୦ରୁ ଅଧିକ ଲୋକଙ୍କୁ ନିରାପଦ ଜାଗାକୁ ସ୍ଥାନାନ୍ତରିତ ହୋଇସାରିଲାଣି । ୧୪ଟି ଜିଲ୍ଲାରେ ସତର୍କ ସୂଚନା ଜାରୀ କରାଯାଇଥିଲା । ଏକ ଦଶନ୍ଧି ଭିତରେ ଏହି ବନ୍ୟା ଥିଲା କେରଳର ସବୁଠୁ ଅଧିକ ଭୟଙ୍କର । ଗତ ୧୦୦ ବର୍ଷ ମଧ୍ୟରେ କେରଳରେ ହୋଇଥିବା ବନ୍ୟା ମଧ୍ୟରେ ଏହା ସବୁଠାରୁ ଭୟଙ୍କର ବୋଲି ବିବେଚନା କରାଯାଉଛି ।କେରଳର ୪୨ଟି ବନ୍ଧ ଭିତରୁ ୩୫ଟି ଏବଂ ଏସିଆର ଉଚ୍ଚତମ ତୋରଣ ବନ୍ଧ ଇଡୁକି ଡ୍ୟାମର ପାଞ୍ଚଟି ଯାକ ଦ୍ୱାର ଇତିହାସରେ ପ୍ରଥମ ଥର ପାଇଁ ଖୋଲାଯାଇଥିଲା । ୱାୟନାଡ଼ରେ ଭୀଷଣ ବର୍ଷା ହେତୁ ଏହି ପାହାଡ଼ିଆ ଜିଲ୍ଲାଟି ବିଛିନ୍ନ ହୋଇପଡ଼ିଛି ।
କୁମାରସ୍ଵାମୀ କାମରାଜ (K. Kamaraj) (୧୫ ଜୁଲାଇ ୧୯୦୩– ୨ ଅକ୍ଟୋବର ୧୯୭୫ )ଚାରି ବର୍ଷ ପାଇଁ (୧୯୬୪--୧୯୬୭) ଭାରତୀୟ ଜାତୀୟ କଂଗ୍ରେସ ର ସଭାପତି ଥିଲେ । ନେହେରୁଙ୍କ ମୃତ୍ୟୁ ପରେ ଲାଲ ବାହାଦୁର ଶାସ୍ତ୍ରୀ ଙ୍କୁ ଭାରତର ପ୍ରଧାନମନ୍ତ୍ରୀ ଆସନ ଦେବାରେ ତାଙ୍କର ପ୍ରମୁଖ ଭୂମିକା ଥିଲା । ସେ ୧୯୫୪ ରୁ ୧୯୬୩ ମଧ୍ୟରେ ତାମିଲନାଡୁ ର ତୃତୀୟ ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ ସମ୍ପାଦନ କରିଥିଲେ । ତାଙ୍କ କାର୍ଯ୍ୟକାଳ ମଧ୍ୟରେ ସେ ରାଜ୍ୟରେ 9ଟି ଡ୍ୟାମ ତିଆରି କରି କୃଷକ ତଥା କୃଷିର ଉନ୍ନତି ପାଇଁ ଅନେକ କାର୍ଯ୍ୟ କରିଥିବା ଏହି ନେତା ଜଣକ ଅତ୍ୟନ୍ତ ସରଳ ଜୀବନଯାପନ କରୁଥିଲେ । ତାମିଲନାଡୁର ଅନ୍ୟତମ ସର୍ବୋତ୍ତମ ମୁଖ୍ୟମନ୍ତ୍ରୀ ଭାବେ ଲୋକଙ୍କ ପାଖରେ ସେ ପରିଚିତ ।
ହ୍ୟାକିଂ କହିଲେ ଫେସବୁକ, ଜି-ମେଲ କିମ୍ବା ୱେବସାଇଟକୁ ବିନା ପାସୱାର୍ଡରେ ଖୋଲିଦେବା କେବଳ ନୁହେଁ, ବରଂ ବୃହତ ଅର୍ଥରେ ସାଇବର ସୁରକ୍ଷା ପ୍ରଣାଳୀରେ ରହିଥିବା ଦୋଷ ତ୍ରୁଟିକୁ ଆବିଷ୍କାର କରିବା ହିଁ ଏହାର ମୂଳଲକ୍ଷ୍ୟ । ସମର୍ପଣ ଭାବ ସହ ପ୍ରଯୁକ୍ତି ବିଦ୍ୟାରେ ନିତ୍ୟ ପ୍ରତିଦିନ ଘଟୁଥିବା ପରିବର୍ତ୍ତନର ଖବର ରଖୁଥିବା ବ୍ୟକ୍ତି ହିଁ ଜଣେ ଭଲ ହ୍ୟାକର ହୋଇପାରିବେ ।
ପଶ୍ଚିମ ଓଡ଼ିଶା ( ଇଂରାଜୀ : Western Odisha ) ଓଡ଼ିଶାର କଳାହାଣ୍ଡି ଜିଲ୍ଲାରୁ ଆରମ୍ଭ କରି ସୁନ୍ଦରଗଡ଼ ଜିଲ୍ଲା ପର୍ଯ୍ୟନ୍ତ ପରିବ୍ୟାପ୍ତ ଭୂଖଣ୍ଡକୁ ପଶ୍ଚିମ ଓଡ଼ିଶା କୁହା ଯାଏ । ଏହି ଅଞ୍ଚଳ ଭିତରେ ସମ୍ବଲପୁର ଜିଲ୍ଲା, ବଲାଙ୍ଗୀର , ବରଗଡ଼, ଦେବଗଡ଼ , ଝାରସୁଗୁଡା , କଳାହାଣ୍ଡି , ବୌଦ, ସୁନ୍ଦରଗଡ଼ ନୂଆପଡ଼ା ,ସୁବର୍ଣ୍ଣପୁର ଜିଲ୍ଲା ( ସୋନପୁର) ଜିଲ୍ଲା ସମୂହ ସହ ଅନୁଗୁଳ ଜିଲ୍ଲାର ଆଠମଲ୍ଲିକ ସବ ଡିଭିଜନ ଅନ୍ତର୍ଭୁକ୍ତ । ଏହାକୁ କୋଶଳ ଅଞ୍ଚଳ ବୋଲି କହାଯାଏ । ପଞ୍ଚମ ଶତାବ୍ଦୀ ପୂର୍ବରୁ ଏହି ଅଞ୍ଚଳ ଦକ୍ଷିଣ କୋଶଳ ନାମରେ ପରିଚିତ ଥିଲା ଏବଂ ଏହା ଏକ ବିଶାଳ ଭୌଗୋଳିକ ଅଞ୍ଚଳ ଥିଲା । ଏହା କୃଷିପ୍ରଧାନ ଅଞ୍ଚଳ ଭାବରେ ଏକ ସାଂସ୍କୃତିକ ସମନ୍ନ୍ୟୟ ପୂର୍ଣ ଅଞ୍ଚଳ ଥିଲା । ଏବେ କଳାହାଣ୍ଡି , କୋରାପୁଟ ଓ ବଲାଙ୍ଗିର ମରୁଡ଼ି ପ୍ରବଣ ଜିଲ୍ଲା ଭାବେ KBK ନାମରେ ଚିହ୍ନିତ ହେଇ ଅନେକ ବର୍ଷ ହେଲା କେନ୍ଦ୍ର ତଥା ରାଜ୍ୟ ସରକାରଙ୍କଦ୍ଵାରା ସ୍ଵତନ୍ତ୍ର ସାହାଯ୍ୟ ପ୍ରାପ୍ତ ହେଇଥିଲେ ମଧ୍ୟ ଖୁବ ଦରିଦ୍ର ଓ ଅନା ଟନ ଭିତରେ ଏହାର ଅଧିକାଂଶ ଅଧିବାସୀ ରହିଛନ୍ତି । ପୁଣି ପୁରା ପଶ୍ଚିମ ଓଡ଼ିଶାର ବିକାଶ ପାଇଁ ରାଜ୍ୟ ସରକାର ସ୍ଵତନ୍ତ୍ର 'ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ' ( WODC ) ଗଠନ କରିଛନ୍ତି ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ଵ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ଵାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ବଲାଙ୍ଗୀର ଜିଲ୍ଲାର ପାଟଣାଗଡ ଉପଖଣ୍ଡ ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ପର୍ବତର ପାଦଦେଶରେ ଥିବା ହରିଶଙ୍କର ଉଭୟ ଶୈବପୀଠ ଓ ପ୍ରାକୃତିକ ସୌନ୍ଦର୍ଯ୍ୟ ପାଇଁ ପ୍ରସିଦ୍ଧ । ଏହାର ଦୂରତା ସଦର ମହକୁମାରୁ ପ୍ରାୟ ୮୦ କି.ମି ହେବ । ଗନ୍ଧମାର୍ଦ୍ଦନ ପର୍ବତର ଉତ୍ତରାଞ୍ଚଳରେ ବରଗଡ଼ ଜିଲ୍ଲାର ପ୍ରସିଦ୍ଧ ନୃସିଂହନାଥ ମନ୍ଦିର ଥିବାବେଳେ ଦକ୍ଷିଣରେ ରହିଛି ହରିଶଙ୍କର । ଏହି ପୀଠରେ ହରି ଓ ଶଙ୍କର ଏକାଠି ପୂଜା ପାଉଥିବାରୁ ଏହି ପୀଠର ସ୍ଵତନ୍ତ୍ରତା ରହିଛି । ହରିଶଙ୍କର ମନ୍ଦିର ଏବଂ ନୃସିଂହନାଥ ମନ୍ଦିର ମଧ୍ୟରେ ଅବସ୍ଥିତ ମାଳଭୂମିରେ ବୌଦ୍ଧ ଧର୍ମାଲମ୍ବୀଙ୍କଦ୍ୱାରା ନିର୍ମାଣ କରାଯାଇଥିବା ଧ୍ୱସ୍ତବିଧ୍ୱସ୍ତ ଏକ ପ୍ରାଚୀନ ପରିମଳଗିରି ବିଶ୍ୱବିଦ୍ୟାଳୟ ରହିଛି ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ପରମହଂସ ପ୍ରଜ୍ଞାନାନନ୍ଦ ଜଣେ ଭାରତୀୟ ସନ୍ୟାସୀ ଓ କ୍ରିୟାଯୋଗୀ । ବାଲ୍ୟକାଳରୁ ସେ ସତ୍ୟ ଅନୁସନ୍ଧିତ୍ସୁ । ପରବର୍ତ୍ତୀ ସମୟରେ ସେ ଅର୍ଥଶାସ୍ତ୍ରରେ ସ୍ନାତକୋତ୍ତର ଡିଗ୍ରୀ ଲାଭକରି ସରକାରୀ ମହାବିଦ୍ୟାଳୟରେ ଅଧ୍ୟାପକ ଭାବେ ଶିକ୍ଷାଦାନ କଲେ । ତେବେ ତାଙ୍କର ଆଧ୍ୟାତ୍ମିକ ତୃଷା ଏହି ପଥରେ ଅନ୍ତରାୟ ସୃଷ୍ଟିକଲା । ଖୋଜି ବୁଲିଲେ ମନ୍ଦିର, ଆଶ୍ରମ । ଭେଟିଲେ ଅନେକ ସାଧୁସନ୍ଥଙ୍କୁ । ଏପରିକି ହିମାଳୟ ଯାଇ ମଧ୍ୟ ତାଙ୍କର ଅନ୍ୱେଷଣ ସରିଲା ନାହିଁ । ପରିଶେଷରେ ସେ ସାକ୍ଷାତ୍ ପାଇଲେ ମହାନ୍ କ୍ରୀୟାଯୋଗୀ ବିଶ୍ୱଗୁରୁ ପରମହଂସ ହରିହରାନନ୍ଦ ଗିରିଙ୍କର । ତାଙ୍କ ଠାରୁ ଦୀକ୍ଷାନେଇ ଶିକ୍ଷାକଲେ ଅଦ୍ୱିତୀୟ କ୍ରିୟାଯୋଗ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଇନ୍ଦିରା ପ୍ରିୟଦର୍ଶିନୀ ଗାନ୍ଧୀ, ଭାରତର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଥିଲେ । ପ୍ରଧାନମନ୍ତ୍ରୀ ଭାବେ ୧୯୬୬ରୁ ୧୯୭୭ ଯାଏଁ ଏବଂ ପରେ ୧୯୮୦ରୁ ୧୯୮୪ (ଇନ୍ଦିରା ଗାନ୍ଧୀଙ୍କ ହତ୍ୟା) ପର୍ଯ୍ୟନ୍ତ ସର୍ବାଧିକ ଦିନ ଦେଶର ସେବା କରିବାରେ ସେ ହେଉଛନ୍ତି ଦ୍ଵିତୀୟ ଭାରତୀୟ ପ୍ରଧାନମନ୍ତ୍ରୀ । ଇନ୍ଦିରା ଗାନ୍ଧୀ ଭାରତର ପ୍ରଥମ ପ୍ରଧାନ ମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ଏକମାତ୍ର ସନ୍ତାନ । ୧୯୫୯ ମସିହାରେ ଭାରତୀୟ ଜାତୀୟ କଂଗ୍ରେସର ସଭାପତି ଭାବେ ନିର୍ବାଚିତ ହୋଇ ସେ ତାଙ୍କର ରାଜନୈତିକ ଜୀବନ ଆରମ୍ଭ କରିଥିଲେ । ୧୯୬୪ରେ ପିତାଙ୍କ ମୃତ୍ୟୁ ପରେ ପ୍ରଧାନ ମନ୍ତ୍ରୀ ପଦପାଇଁ ଦୌଡରେ ସାମିଲ ହେବାକୁ ମନାକରି ଲାଲ ବାହାଦୁର ଶାସ୍ତ୍ରୀଙ୍କ ମନ୍ତ୍ରୀମଣ୍ଡଳରେ ଜଣେ କ୍ୟାବିନେଟ ମନ୍ତ୍ରୀଭାବେ ଯୋଗ ଦେଇଥିଲେ । ଶାସ୍ତ୍ରୀଙ୍କ ମୃତ୍ୟୁପରେ, ୧୯୬୬ରେ ଅନୁଷ୍ଠିତ ସାଧାରଣ ନିର୍ବାଚନରେ ସେ ତାଙ୍କ ବିରୋଧୀ ପ୍ରାର୍ଥୀ ମୋରାରଜୀ ଦେଶାଇଙ୍କୁ ପରାସ୍ତ କରି ଭାରତର ପ୍ରଧାନ ମନ୍ତ୍ରୀ ଭାବେ ନିର୍ବାଚିତ ହେଲେ ।
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।ଜଳ ପୃଥିବୀପୃଷ୍ଟରେ ପ୍ରାକୃତିକ ଭାବେ ମିଳେ । ଜଳ ହେଉଛି ଏକମାତ୍ର ବସ୍ତୁ ଯାହା ସାଧାରଣ ତାପମାତ୍ରାରେ ୩ଟି ଅବସ୍ଥାରେ ରହେ । ଜଳର ୪୦ରୁ ଉର୍ଦ୍ଧ୍ୱ ବିଶେଷ ଜଳ ଘନିଭୂତ ହେଲେ ଏହାର ଆୟତନ ପାଖାପାଖି ୯% ବୃଦ୍ଧି ପାଏ ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ଗର୍ଭାବସ୍ଥା, (ଅନ୍ୟ ନାମ ପ୍ରେଗନାନ୍ସି ବା ଗ୍ରାଭିଡିଟି ବା ଜେସ୍ଟାସନ, ଇଂରାଜୀରେ ଯଥାକ୍ରମେ Pregnancy or gravidity or gestation) ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଅପତ୍ୟ (offspring) ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
କ୍ରନିକ ଟ୍ରମାଟିକ ଏନସେଫାଲୋପାଥି ବା ସିଟିଇ (ଇଂରାଜୀ ଭାଷାରେ Chronic traumatic encephalopathy/ CTE), ପୂର୍ବ ପରିଚିତ ଡିମେନ୍ସିଆ ପୁଜିଲିସ୍ଟିକା (dementia pugilistica), ଏକ ସ୍ନାୟୁ ଅବକ୍ଷୟ ରୋଗ (neurodegenerative disease) ଯାହା ବାରମ୍ବାର ମୁଣ୍ଡ ଆଘାତ (head injuries) ପ୍ରାପ୍ତ ଲୋକଙ୍କର ହୋଇପାରେ । ଲକ୍ଷଣ ମଧ୍ୟରେ ବ୍ୟବହାରିକ ସମସ୍ୟା, ମନୋଦଶା ସମସ୍ୟା (mood problem) ଓ ଭାବନା ସମସ୍ୟା ଦେଖାଦିଏ । ଆଘାତ ପାଇବାର ଅନେକ ବର୍ଷ ପରେ ଏହି ରୋଗ ଆରମ୍ଭ ହୁଏ । କ୍ରମଶଃ ଏହା ଖରାପ ଦିଗକୁ ଗତି କରି ସମୟ କ୍ରମେ ଡିମେନ୍ସିଆରେ ପରିଣତ ହୋଇଯାଏ । ଆତ୍ମହତ୍ୟା ସଙ୍କଟ ବଦଳିବା ସ୍ପଷ୍ଟ ହୋଇନାହିଁ । ମୁଷ୍ଟି ଯୁଦ୍ଧ (boxing), ଆମେରିକାନ ଫୁଟବଲ (American football), ମଲ୍ଲ ଯୁଦ୍ଧ (wrestling), ତୁଷାର ହକି (ice hockey), ରଗବି (rugby) ଓ ଫୁଟବଲ/ସକ୍କର (soccer) ଭଳି କଣ୍ଟାକ୍ଟ କ୍ରିଡ଼ାରେ (contact sports) ପରଷ୍ପର ଭିତରେ ଧକ୍କା ଲାଗି ଆଘାତ ପାଉଥିବା ଲୋକଙ୍କର ଏହି ରୋଗ ହୁଏ । ମିଲିଟାରୀ, ଘରୋଇ ହିଂସା (domestic violence) ଓ ବାରମ୍ବାର ମୁଣ୍ଡ ପିଟିବା ଯୋଗୁ ମଧ୍ୟ ଏହି ସଙ୍କଟ ରହିପାରେ । ଏହି ରୋଗ ସୃଷ୍ଟି ହେବା ନିମନ୍ତେ ଆଘାତର ପରିମାଣ ଅଜ୍ଞାତ ଅଛି । ସଠିକ ରୋଗ ନିର୍ଣ୍ଣୟ କେବଳ ଅଟୋପ୍ସିରୁ (autopsy) ଜଣାଯାଏ । ଟଟୋପାଥିକୁ (tauopathy) ସ୍ନାୟୁ ଅବକ୍ଷୟ ରୋଗର ଏକ ଶ୍ରେଣୀରେ ଗଣନା କରାଯାଏ ।ସନ ୨୦୧୮ ସୁଦ୍ଧା କୌଣସି ନିର୍ଦ୍ଦିଷ୍ଟ ଚିକିତ୍ସା ନାହିଁ । ଅଧିକ ମୁଣ୍ଡ ଆଘାତ ଇତିହାସ ଥିବା ବ୍ୟକ୍ତିଙ୍କ ମଧ୍ୟରୁ ୩୦% ଲୋକଙ୍କର ଏହି ରୋଗ ହେବା ଦେଖାଯାଏ ।
ପଞ୍ଚଲିଙ୍ଗେଶ୍ଵର ଶିବ ମନ୍ଦିର ଓଡ଼ିଶାର ବାଲେଶ୍ଵର ଜିଲାର ନୀଳଗିରି ପାଖରେ ଥିବା ପଞ୍ଚଲିଙ୍ଗେଶ୍ଵରରେ ଅବସ୍ଥିତ । ଏହି ଲିଙ୍ଗଗୁଡ଼ିକର ଦର୍ଶନ କରିବା ପାଇଁ ଜଣକୁ ପାହାଡ଼଼ି ଚଟାଣ ଭିତରେ ବହିଯାଇଥିବା ଝରଣା ପାଣି ଦେଇ ହାତରେ ଛୁଇଁ ଜାଣିବାକୁ ପଡ଼ିବ । ଏଠାରେ ପାହାଡ଼଼ୀ ଝରଣା ଭିତରେ ପାଞ୍ଚୋଟି ଶିବଲିଙ୍ଗ ପୂଜାପାଉଛନ୍ତି ଯାହାଙ୍କ ନାମ ଅନୁସାରେ ଏହି ଜାଗାର ନାମ ପଞ୍ଚଲିଙ୍ଗେଶ୍ଵର ହୋଇଅଛି ।ବାଲେଶ୍ୱର ସମୁଦ୍ର ଉପକୂଳରେ ବଙ୍ଗୋପସାଗରର ବେଳାଭୂମିକୁ ସାମନ୍ତରାଳଭାବରେ କୁପାରୀ ଠାରୁ ନୀଳଗିରି ପର୍ଯ୍ୟନ୍ତ ପୂର୍ବଘାଟ ପର୍ବତମାଳା ଲମ୍ବିଆସିଛି । ୧୦୦୦ ଫୁଟ ଛୋଟ ଛୋଟ ପାହାଡ଼ "ଦେବଗିରି" ପର୍ବତମାଳାର ପଞ୍ଚେଲିଙ୍ଗେଶ୍ୱର ଏକ ଅଂଶ ବିଶେଷ । ଏହି ଶୈବପୀଠର ପାଦଦେଶରେ ଝରଣାଟିଏ ବହିଯାଇଛି । ଏହି ଜଳସ୍ରୋତ ମଧ୍ୟରେ ଅଦୃଶ୍ୟ ପାଞ୍ଚଗୋଟି ଲିଙ୍ଗ ହେଉଛନ୍ତି ପଞ୍ଚେଲିଙ୍ଗେଶ୍ୱର ପୀଠ । ଭକ୍ତମାନେ ଜଳସ୍ରୋତ ମଧ୍ୟରେ ପଞ୍ଚେଲିଙ୍ଗେଶ୍ୱରଙ୍କୁ ଦର୍ଶନ କରି ପୂଜାକରନ୍ତି । ପ୍ରସ୍ତର ଉପରେ ବସି ପୁଜକ ଶିବଲିଙ୍ଗ ପୂଜା କରିଥାନ୍ତି । ରାଜ୍ୟ ପର୍ଯ୍ୟଟନ ତରଫରୁ ଯାତ୍ରୀନିବାସର ଆନୁସାଙ୍ଗିକ ବ୍ୟବସ୍ଥା ମଧ୍ୟ ରହିଛି । ସରସ୍ୱତୀ ପୂଜା ସମୟରେ ପାଞ୍ଚ ଦିନ ବ୍ୟାପୀ ମେଳା ହୁଏ । ବହୁ ଲୋକ ଏଠାକୁ ଆସି ଦେବଦର୍ଶନ କରିଥାନ୍ତି ଓ ମନୋହାରୀ ଜିନିଷ କିଣିଥାନ୍ତି । ଦେବଗିରି ପର୍ବତର ଶିଖର ଦେଶରେ ମଣ୍ଡଳେଶ୍ୱରୀ ଦେବୀସ୍ଥାନ ରହିନ୍ତି । ଏହାଙ୍କୁ ବର୍ଷାଦେବୀ ମଧ୍ୟ କହାଯାଏ । ବର୍ଷା ନହେଲେ ଦେବୀଙ୍କୁ ପୂଜାକଲେ ବର୍ଷା ହୋଇଥାଏ ବୋଲି ଲୋକବିଶ୍ୱାସ ରହିଛି । ଦେବଗିରି ପର୍ବତମାଳା ପରିବେଷ୍ଟିତ ପର୍ବତର ଶୀର୍ଷଦେଶରୁ ମଙ୍ଗଳପୁର ପ୍ରାଚୀନ ପଥ ଓ ଦୁର୍ଗପର୍ଯ୍ୟନ୍ତ ଏକ ସୁଡ଼ଙ୍ଗ ରହିଛି । ଜନଶୃତି ଅଛି ଯେ ପଞ୍ଚଲିଙ୍ଗେଶ୍ୱର ପାହାଡ଼ର ପାଦଦେଶରୁ ଏହି ସୁଡଙ୍ଗ ରହିଛି ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ତପସ୍ଵିନୀ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କଦ୍ଵାରା ରଚିତ ଏକ ପ୍ରମୁଖ କାବ୍ୟ ସଙ୍କଳନ । ଏହାର ରଚନା ୧୯୧୩ ମସିହାରେ ସମାପ୍ତ ହୋଇଥିଲା ଏବଂ ୧୯୧୪ ମସିହାରେ ପ୍ରକାଶିତ ହୋଇଥିଲା । ଏଗାରଟି ସର୍ଗରେ ସମୃଦ୍ଧ ଏହି କାବ୍ୟଗ୍ରନ୍ଥଟିରେ ସୀତାଙ୍କର ଜୀବନ ଓ ଆଦର୍ଶ ବର୍ଣ୍ଣନା କରାଯାଇଛି । 'କରୁଣ ରସ'ରେ ରଚିତ ଏହି କାବ୍ୟଟି ଓଡ଼ିଆ ସାହିତ୍ୟର ଏକ ଅନବଦ୍ୟ କୃତି । ପୁସ୍ତକଟି, ଶ୍ରୀମାନ ରାମନାରାୟଣ ମିଶ୍ରଙ୍କୁ ଉତ୍ସର୍ଗୀକୃତ କରିଯାଇଛି ।
ରାଷ୍ଟୀୟ ସ୍ଵୟଂସେବକ ସଂଘ (ଆରଏସ୍ଏସ୍) ଗାନ୍ଧିଜୀଙ୍କ ସେହି ଦର୍ଶନରେ ସମ୍ପୂର୍ଣ୍ଣ ସହମତି ପ୍ରକାଶ କରେ ଯେଉଁଥିରେ କୁହାଯାଏ ଯେ, ହିନ୍ଦୁତ୍ଵରେ ମହମ୍ମଦ, ଜୋରଷ୍ଟର୍ ଓ ମୋଜେଜଙ୍କ ପାଇଁ ଯେତିକି ସ୍ଥାନ ରହିଛି ଯୀଶୁଙ୍କ ପାଇଁ ମଧ୍ୟ ଅନୁରୂପ ସ୍ଥାନ ରହିଛି। ଭାରତରେ ଥିବା ମୁସଲମାନ ଭାଇ ଭଉଣୀମାନେ ଯେ ପ୍ରକୃତରେ ବଳପ୍ରୟୋଗ ଓ ପରିସ୍ଥିତିର ଶିକାର ହୋଇ ହିନ୍ଦୁରୁ ମୁସଲମାନ ଧର୍ମକୁ ପରିବର୍ତ୍ତିତ ହୋଇଛନ୍ତି, ଏହା ମଧ୍ୟ ସ୍ଵୀକାରଯୋଗ୍ୟ । ଏବେ ମଧ୍ୟ ସେମାନେ ବିଭିନ୍ନ ଦୃଷ୍ଟିକୋଣରୁ ହିନ୍ଦୁ ଭାବେ ପରିଗଣିତ। ପ୍ରଗତି, ସମୃଦ୍ଧି ଓ ସ୍ଵାଧିନତା ପାଇ ସେମାନେ ଯେ ଦିନେ ପୁଣି ଥରେ ମନାତନ ବିଶ୍ଵାସ ଓ ଜୀବନ ଶୈଳୀକୁ ଆପଣାଇବେ ଏହି ବିଶ୍ଵାସ ରଖାଯିବା ଉଚିତ। ଇଂରେଜମାନଙ୍କ ଡିଭାଇଡ ଆଣ୍ଡ ରୁଲ ନୀତି ଯୋଗୁଁ ତତ୍କାଳୀନ ଭାରତୀୟ ରାଜନୀତିଜ୍ଞ ଓ ନେତାମାନେ ଅଖଣ୍ଡ ଭାରତର ସାର୍ବଭୌମତ୍ଵ ସହ ସାଲିସ କରିବାକୁ ବାଧ୍ୟ ହୋଇଥିଲେ । ଯେଉଁଥିପାଇଁ ଆମକୁ ଦେଶ ବିଭାଜନର ଶକ୍ତ ଧକ୍କା ସହ୍ୟ କରିବାକୁ ପଡ଼ିଲା । କିନ୍ତୁ ସଂଘ ପରିବାର ମୂଳ ଭାରତୀୟ ସଂସ୍କୃତି, ସଭ୍ୟତା ଓ ବିଭିନ୍ନ ସଂପ୍ରଦାୟ ମଧ୍ୟରେ ଐକ୍ୟ ଉପରେ ବିଶ୍ଵାସ ରଖେ । ଆରଏସ୍ ଏସ୍ ଗଠନ ହେବା ଦିନଠାରୁ ରାଷ୍ଟ୍ର ଗଠନ ପାଇଁ କାର୍ଯ୍ୟ କରି ଆସିଛି। ୧୯୩୦-୪୦ ଦଶକରେ ଭାରତ ଯେଉଁ ଘଡିସନ୍ଧି ମୁହୂର୍ତ୍ତ ଦେଇ ଗତି କରୁଥିଲା ସେହି ସମୟରେ ରାଷ୍ଟ୍ରର ଅଖଣ୍ଡତା ବଜାୟ ରଖିବା ସହ ଭାରତ ଗଠନରେ ଆରଏସ୍ ଏସ୍ର ଭୂମିକାକୁ ଯେ କେହି ମଧ୍ୟ ସ୍ଵୀକାର କରିବ । କିନ୍ତୁ ପରବର୍ତ୍ତୀ ସମୟରେ ଗାନ୍ଧିଜୀଙ୍କ ହତ୍ୟା ଓ ଶାସନରେ ରହୁଥିବା ରାଜନୈତିକ ଦଳଗୁଡିକର ଚକ୍ଷୁଶୀଳତା ଯୋଗୁଁ ଏହାର ଗାରିମାରେ ଆଞ୍ଚ ଆସିଥିଲା।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ଵରୂପରାଣୀ ଥିଲା । ସେ ସ୍ଵାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ନରେନ୍ଦ୍ର ଦାମୋଦରଦାସ ମୋଦୀ (ଜନ୍ମ: ୧୭ ସେପ୍ଟେମ୍ବର ୧୯୫୦) ଭାରତର ୧୫ମ ପ୍ରଧାନମନ୍ତ୍ରୀ । ସେ ଭାରତୀୟ ଜନତା ପାର୍ଟିର ଜଣେ ପ୍ରମୁଖ ସଦସ୍ୟ। ସେ ୨୦୧୪ ଲୋକ ସଭା ନିର୍ବାଚନରେ ଭାରତର ପ୍ରମୁଖ ବିପକ୍ଷ ଦଳ ଭାରତୀୟ ଜନତା ପାର୍ଟି ତରଫରୁ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ଗଠବନ୍ଧନର ପ୍ରଧାନମନ୍ତ୍ରୀ ପ୍ରାର୍ଥୀଭାବେ ନିର୍ବାଚନ ଲଢିଥିଲେ ଏବଂ ଉତ୍ତର ପ୍ରଦେଶ ଓ ଗୁଜରାଟରୁ ଯଥାକ୍ରମେ ବାରଣାସୀ ଓ ଭଦୋଦରାରୁ ବିଜୟୀ ହୋଇଥିଲେ । ୧୯୯୮ ମସିହାରେ ଭାରତୀୟ ଜନତା ପାର୍ଟିର ନେତା ଲାଲ କୃଷ୍ଣ ଆଡ଼ଭାନୀଙ୍କଦ୍ଵାରା ଗୁଜରାଟ ଏବଂ ହିମାଚଳ ପ୍ରଦେଶର ନିର୍ବାଚନ ପ୍ରଚାର ପାଇଁ ପସନ୍ଦ କରାଯାଇଥିଲା । ୨୦୦୧ ମସିହାରେ ଗୁଜରାଟର ପୂର୍ବତନ ମୂଖ୍ୟମନ୍ତ୍ରୀ କେଶୁଭାଇ ପଟେଲ ଇସତଫା ଦେବାପରେ ସେ ମୂଖ୍ୟମନ୍ତ୍ରୀ ଭାବେ ୨୦୦୧ ଅକ୍ଟୋବର ୭ ତାରିଖରେ ଶପଥ ଗ୍ରହଣ କରିଥିଲେ । ପୁନର୍ବାର ୨୦୦୭ ଗୁଜରାଟ ବିଧାନ ସଭା ନିର୍ବାଚନରେ ବିପୁଳ ସମର୍ଥନରେ ବିଜୟୀ ହୋଇ ସେ ତୃତୀୟ ଥର ପାଇଁ ମୂଖ୍ୟମନ୍ତ୍ରୀ ହୋଇଥିଲେ । ସେ ଉଭୟ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଜଣେ ବିବାଦୀୟ ବ୍ୟକ୍ତି। ଷାଠିଏ ଦଶକର ମଧ୍ୟ ଭାଗରେ ଭାରତ ପାକିସ୍ତାନ ଯୁଦ୍ଧ ସମୟରେ କିଶୋର ଅବସ୍ଥାରେ ଥାଇ ସୁଦ୍ଧା ସେ ସ୍ବେଚ୍ଛାକୃତ ଭାବରେ ରେଳ ଷ୍ଟେସନରେ ରହିଥିବା ସୈନିକ ମାନଙ୍କୁ ସେବା ଯୋଗାଇ ଦେଇଥିଲେ। ୧୯୬୭ରେ ସେ ଗୁଜରାଟରେ ବନ୍ୟା ପ୍ରଭାବିତ ଅଞ୍ଚଳର ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିଥିଲେ। ତାଙ୍କ ମଧ୍ୟରେ ସାଂଗଠନିକ ଦକ୍ଷତା ଭରି ରହିଥିଲା ଏବଂ ସେ ଲୋକମାନଙ୍କର ଭାବାବେଗକୁ ଭଲ ଭାବରେ ବୁଝିପାରୁଥିଲେ। ସେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି)ରେ ଯୋଗ ଦେଇ ସେବା କାର୍ଯ୍ୟ ଆରମ୍ଭ କରିଥିଲେ ଏବଂ ଗୁଜରାଟର ବିଭିନ୍ନ ସାମାଜିକ-ରାଜନୈତିକ ଘଟଣାଗୁଡ଼ିକରେ ଏକ ଗୁରୁତ୍ବପୂର୍ଣ ଭୂମିକା ନିର୍ବାହ କରିଥିଲେ।
ଗାୟତ୍ରୀ ସରାଫ (୧୭ ଅଗଷ୍ଟ ୧୯୫୨) ଓଡ଼ିଆର ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ଗାଳ୍ପିକା । ୨୦୧୭ ମସିହାରେ ସେ ନିଜ ଗଳ୍ପ ସଂକଳନ "ଇଟାଭାଟିର ଶିଳ୍ପୀ" ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ଲାଭ କରିଛନ୍ତି । ଜଣେ ପ୍ରଧାନ ଶିକ୍ଷୟତ୍ରୀ ଭାବରେ, ସେ ପାଟଣାଗଡ଼ ବାଳିକା ଉଚ୍ଚବିଦ୍ୟାଳୟରୁ ଅବସର ଗ୍ରହଣ କରିସାରିଛନ୍ତି । ୨୦୧୫ ମସିହାରେ ତାଙ୍କୁ ଓଡ଼ିଶା ସାହିତ୍ୟ ଏକାଡେମୀର ଉପସଭାନେତ୍ରୀ ଭାବରେ ମନୋନୀତ କରାଯାଇଛି । "ଆଲୋକିତ ଅନ୍ଧାର" ତାଙ୍କ ପ୍ରକାଶିତ ପ୍ରଥମ ଗଳ୍ପ ସଂକଳନ । ଏହା "ଆତ୍ମ ପ୍ରକାଶନୀ, ବଲାଙ୍ଗୀର"ଦ୍ଵାରା ୧୯୮୮ ମସିହାରେ ପ୍ରକାଶିତ ହୋଇଥିଲା । "ଅସିତ ମୁଖାର୍ଜୀ" ବହିଟିର ପ୍ରଚ୍ଛଦ ଚିତ୍ର ଅଙ୍କନ କରିଥିଲେ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ଵାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଜାଲିଆନାୱାଲା ବାଗ୍ ହତ୍ୟାକାଣ୍ଡ, ଯାହା ଅମୃତସର ହତ୍ୟାକାଣ୍ଡ, ଭାବେ ମଧ୍ୟ ପରିଚିତ, ୧୩ ଅପ୍ରେଲ୍ ୧୯୧୯ ଦିନ ଘଟିଥିଲା, ଯେଉଁଥିରେ କଲୋନେଲ୍ ରେଗିନାଲ୍ଡ ଡାୟାର୍ଙ୍କ ନେତୃତ୍ୱରେ ବ୍ରିଟିଶ୍ ଭାରତୀୟ ସେନା, ଅମୃତସର, ପଞ୍ଜାବର ଜାଲିଆନାୱାଲା ବାଗ୍ଠାରେ ଏକତ୍ରିତ ହୋଇଥିବା ଭାରତୀୟଙ୍କ ଉପରକୁ ଗୁଳି ଚଳାଇଥିଲେ । ଏହି ବେସାମରିକ ଭାରତୀୟମାନେ ଦୁଇ ଜାତୀୟ ନେତା ସତ୍ୟ ପାଲ୍ ଓ ସୈଫୁଦିନ୍ କିଚ୍ଲୁଙ୍କ ଗିରଫ୍ ଓ ଦେଶାନ୍ତରୀକରଣ ପ୍ରତିବାଦରେ ଏକତ୍ରିତ ହୋଇଥିଲେ । ଏହା ଏବେ ମଧ୍ୟ ତର୍କର ବିଷୟ ଯେ, ଭାରତୀୟମାନେ ଡାୟାର୍ଙ୍କ ´´´କୌଣସି ସଭା ହୋଇ ପାରିବ ନାହିଁ´´´ର ଘୋଷଣାନାମା ବିଷୟରେ ଜାଣିଥିଲେ ନା ନାହିଁ । ମାତ୍ର ରାଜା ରାମଙ୍କ ମତରେ ଭାରତୀୟମାନେ ସ୍ୱଇଚ୍ଛାରେ ଏକତ୍ରିତ ହୋଇଥିଲେ, ଯାହା ଭାରତୀୟ ଜାତୀୟତାବାଦର ପ୍ରାରମ୍ଭ ଥିଲା ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
'ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ବା କୃଷ୍ଣ ଜନ୍ମାଷ୍ଟମୀ,kṛṣṇa janmāṣṭami), କୃଷ୍ଣାଷ୍ଟମୀ, ସାତମ୍ ଆଠମ୍, ଗୋକୁଳାଷ୍ଟମୀ, ଅଷ୍ଟମୀ ରୋହିଣୀ, ଶ୍ରୀକୃଷ୍ଣ ଜୟନ୍ତୀ, ଶ୍ରୀ ଜୟନ୍ତୀ ବା କେବଳ ଜନ୍ମାଷ୍ଟମୀ ନାମରେ ମଧ୍ୟ ଜଣାଶୁଣା । ବିଷ୍ଣୁଙ୍କର ଅବତାରୀ ପୁରୁଷ ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମଦିନକୁ ହିନ୍ଦୁମାନେ ଜନ୍ମାଷ୍ଟମୀ ରୂପେ ପାଳନ କରିଥାନ୍ତି । ଏହା ହିନ୍ଦୁ ପଞ୍ଜିକା ଅନୁସାରେ ଭାଦ୍ରବ ମାସ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ପାଳନ କରାଯାଏ । ଏଇ ଦିନ ଲଗ୍ନରେ ରୋହିଣୀ ନକ୍ଷତ୍ର ରହିଥାନ୍ତି । ଏହା ଗ୍ରେଗୋରିଆନ (ଇଂରାଜୀ) କ୍ୟାଲେଣ୍ଡରରେ ସର୍ବଦା ଅଗଷ୍ଟ ୧୫ରୁ ସେପ୍ଟେମ୍ବର ୧୫ ଭିତରେ ହିଁ ଆସିଥାଏ । ଉତ୍ତର ଭାରତ ଓ ଦକ୍ଷିଣ ଭାରତରେ ଗଣନା ପଦ୍ଧତିର ବୈଷମ୍ୟ ଯୋଗୁଁ ଏହାର ପାଳନ ଗୋଟିଏ ଦିନ ଆଗପଛ ହୋଇଥାଏ । ଯେପରିକି ୨୦୧୧ ମସିହାରେ ଉତ୍ତର ଭାରତରେ ଏହା ୨୨ ଅଗଷ୍ଟରେ ପାଳନ କରାଯାଇଥିଲେ ମଧ୍ୟ ଦକ୍ଷିଣ ଭାରତରେ (କେରଳାଦି ରାଜ୍ୟରେ) ୨୧ ଅଗଷ୍ଟରେ ପାଳିତ ହୋଇଥିଲା । ଭାଦ୍ର କୃଷ୍ଣାଷ୍ଟମୀ ଅର୍ଦ୍ଧରାତ୍ର ସମୟରେ ଜନ୍ମାଷ୍ଟମୀ ହିନ୍ଦୁ ଜଗତରେ ପାଳିତ ହୋଇଥାଏ । କିନ୍ତୁ ବିଷ୍ଣୁ ପୁରାଣରେ କୃଷ୍ଣଙ୍କର ଜନ୍ମ ଶ୍ରାବଣମାସ କୃଷ୍ଣ ଅଷ୍ଟମୀରେ ହୋଇଥିବାର ଉଲ୍ଲେଖ ରହିଛି । ମୁଖ୍ୟଚାନ୍ଦ୍ରମାସ ଓ ଗୌଣ ଚାନ୍ଦ୍ରମାସ ଗଣନା ଏ ପ୍ରଭେଦର କାରଣ ବୋଲି ଅନୁମେୟ । ଶ୍ରୀକୃଷ୍ଣ ମାନବ ସମାଜକୁ କର୍ମଯୋଗର ଶିକ୍ଷା ଦେଇଛନ୍ତି । ଶ୍ରୀମଦ୍ଭଗବଦଗୀତାରେ କର୍ମ ଅନୁସାରେ ଫଳ ମିଳିବ ବୋଲି ସେ ଉଲ୍ଲେଖ କରିଛନ୍ତି। ତେଣୁ ଜନ୍ମାଷ୍ଟମୀର ପାଳନ ଅବସରରେ ଜଣେ ପ୍ରକୃତ କର୍ମଯୋଗୀ ହେବାପାଇଁ ଶପଥ ନିଆଯାଏ। ଫଳର ଆଶା ନ ରଖି ବିଶ୍ଵର ସେବା କରିବା ହେଉଛି ପ୍ରକୃତ କର୍ମଯୋଗ । ଗୀତାରେ ଶ୍ରୀକୃଷ୍ଣଙ୍କ ପ୍ରଦର୍ଶିତ ପଥ ଅନୁସରଣ କରି ଯେ କେହି ସ୍ଥିତପ୍ରଜ୍ଞ ହୋଇପାରେ । ମହାପୁରୁଷମାନେ ଦେଖାଇଦେଇଥିବା ପଥରେ ଯାଇ ଇତରଲୋକେ ସୁଖ, ଶାନ୍ତି ଓ ସମୃଦ୍ଧିକୁ ସହଜରେ ହାସଲ କରିପାରିବେ ।
ଭାରତରତ୍ନ - ଭାରତର ସର୍ବୋଚ୍ଚ ବେସାମରିକ ସମ୍ମାନ । ୧୯୫୪ରେ ପଦ୍ମଶ୍ରୀ, ପଦ୍ମଭୂଷଣ ଓ ପଦ୍ମ ବିଭୂଷଣ ଉପାଧି ସହ ଏହି ସର୍ବୋଚ୍ଚ ନାଗରିକ ସମ୍ମାନ ଭାରତରତ୍ନ ପ୍ରଦାନ ଆରମ୍ଭ ହୋଇଥିଲା । ଯେକୌଣସି ଜାତି, ବୃତ୍ତି (ଜୀବନ ସହ ଜଡ଼ିତ ସବୁ କ୍ଷେତ୍ରରେ ମହାନ ଅବଦାନ), ପାହ୍ୟା କିମ୍ବା ଲିଙ୍ଗର ବ୍ୟକ୍ତି ଏହି ସମ୍ମାନ ପାଇବାକୁ ଯୋଗ୍ୟ ବିବେଚିତ ହୋଇଥାଆନ୍ତି । ଭାରତରତ୍ନ ନିମନ୍ତେ ପ୍ରଧାନ ମନ୍ତ୍ରୀ ରାଷ୍ଟ୍ରପତିଙ୍କ ନିକଟରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ବିଶିଷ୍ଟ ବ୍ୟକ୍ତିଙ୍କ ନାମ ସୁପାରିଶ କରିଥାନ୍ତି । ପ୍ରତିବର୍ଷ ଅତିବେଶିରେ ୩ଜଣଙ୍କୁ ଭାରତରତ୍ନ ପ୍ରଦାନ କରାଯିବାର ବ୍ୟବସ୍ଥା ରହିଛି । ସମ୍ମାନ ସ୍ଵରୂପ ଏକ ପ୍ରଶଂସାପତ୍ର ଏବଂ ପଦକ ପ୍ରଦାନ କରାଯାଏ । ରାଷ୍ଟ୍ରପତି ନିଜେ ଏହି ସମ୍ମାନ ପ୍ରଦାନ କରନ୍ତି । ଅଦ୍ୟାବଧି ୪୧ଜଣ ପ୍ରମୁଖ ବ୍ୟକ୍ତିଙ୍କୁ ଭାରତରତ୍ନ ସମ୍ମାନରେ ସମ୍ମାନିତ କରାଯାଇସାରିଛି ।