ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ସଂସ୍କୃତ ଭାଷାରେ ଲିଖିତ ଅର୍ଥଶାସ୍ତ୍ର ପ୍ରାଚୀନ ଭାରତର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ଏଥିରେ ରାଜ୍ୟ ପରିଚାଳନା, ରାଜନୀତି, ସମରନୀତି ପରି ଅନେକ ଗୁରୁତ୍ତ୍ଵପୂର୍ଣ୍ଣ ବିଷୟ ବର୍ଣ୍ଣିତ ହୋଇଛି । କୌଟିଲ୍ୟ ଏହି ଶାସ୍ତ୍ରର ରଚୟିତା । କୌଟିଲ୍ୟ ବିଷ୍ଣୁଗୁପ୍ତ ଓ ଚାଣକ୍ୟ ନାମରେ ମଧ୍ୟ ପ୍ରସିଦ୍ଧ । କେତେକ ମତାନୁସାରେ ଅନେକ ଶତାବ୍ଦୀ ଧରି ବିଭିନ୍ନ ଶ୍ଳୋକର ସମାହାରରେ ଏହି ଶାସ୍ତ୍ରର ରଚନା ହୋଇଛି ଏବଂ ଏହାର ମୁଖ୍ୟ ଶ୍ରେୟ ଚାଣକ୍ୟଙ୍କୁ ଦିଆଯାଇଛି । ତକ୍ଷଶିଳାର ମହାଜ୍ଞାନୀ ଚାଣକ୍ୟ ସମ୍ରାଟ ଚନ୍ଦ୍ରଗୁପ୍ତ ମୌର୍ଯ୍ୟଙ୍କ ଗୁରୁ ଓ ଉପଦେଷ୍ଟା ଥିଲେ । କିନ୍ତୁ କେତେକ ଐତିହାସିକ ଏହି ତଥ୍ୟକୁ ଗ୍ରହଣ କରି ନାହାନ୍ତି।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଗୋପୀନାଥ ବର୍ଦ୍ଦୋଳି (୧୮୯୦–୧୯୫୦) ଥିଲେ ଆସାମ ର ପ୍ରଥମ ମୁଖ୍ୟମନ୍ତ୍ରୀ । ଭାରତର ସ୍ୱାଧୀନତା ପୂର୍ବରୁ ବ୍ରିଟିଶ ରାଜତ୍ୱ ଭାରତରେ ଆସାମର ମୁଖମନ୍ତ୍ରୀ ରହିଥିବା ଏହି ନେତା ଜଣକ ଥିଲେ ଜଣେ ଆଗଧାଡ଼ିର ସ୍ଵାଧୀନତା ସଂଗ୍ରାମୀ । ସେ ଗାନ୍ଧୀଙ୍କ ଅହିଂସା ନୀତିର ଜଣେ ପ୍ରମୁଖ ସମର୍ଥକ ଥିଲେ ଏବଂ ଏହାକୁ ଏକ ରାଜନୈତିକ ଅସ୍ତ୍ର ରୂପେ ବ୍ୟବହାର କରିଥିଲେ । ତାଙ୍କ ନିଃସ୍ଵାର୍ଥପର ସେବା ଯୋଗୁଁ ଆସାମର ତତ୍କାଳୀନ ରାଜ୍ୟପାଳ ଜୟରାମ ଦାସ ଦଉଲତରାମ ତାଙ୍କୁ "ଲୋକପ୍ରିୟ" ଉପାଦ୍ଧି ରେ ସମ୍ମାନିତ କରିଥିଲେ ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ଵର ବିଭିନ୍ନ ସ୍ଥାନରୁ ସ୍ଵେଚ୍ଛାସେବକ ମାନଙ୍କ ଅବଦାନଦ୍ଵାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ଵର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ବରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ଵାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ବାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ଵର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।ଜଳ ପୃଥିବୀପୃଷ୍ଟରେ ପ୍ରାକୃତିକ ଭାବେ ମିଳେ । ଜଳ ହେଉଛି ଏକମାତ୍ର ବସ୍ତୁ ଯାହା ସାଧାରଣ ତାପମାତ୍ରାରେ ୩ଟି ଅବସ୍ଥାରେ ରହେ । ଜଳର ୪୦ରୁ ଉର୍ଦ୍ଧ୍ୱ ବିଶେଷ ଜଳ ଘନିଭୂତ ହେଲେ ଏହାର ଆୟତନ ପାଖାପାଖି ୯% ବୃଦ୍ଧି ପାଏ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ଭାରତର ସ୍ଵାଧୀନତା ଦିବସ ଏକ ଭାରତୀୟ ଜାତୀୟ ଦିବସ ଅଟେ । ୧୯୪୭ ମସିହାରେ ଭାରତ ଫିରିଙ୍ଗି ଶାସନରୁ ମୁକ୍ତ ହୋଇ ସ୍ଵତନ୍ତ୍ର ଗଣରାଜ୍ୟରେ ପରିଣତ ହୋଇଥିଲା । ତେଣୁ ଏହି ଦିନକୁ ମନେପକାଇବା ପାଇଁ ପ୍ରତିବର୍ଷ ପନ୍ଦର ଅଗଷ୍ଟକୁ ଭାରତର ସ୍ୱାଧୀନତା ଦିବସ ଭାବରେ ପାଳନ କରାଯାଇଥାଏ । ଏହା ଭାରତର ଏକ ପ୍ରଧାନ ଜାତୀୟ ଦିବସ । ଦେଶ ସାରା, ଏହି ଦିନ ପତାକା ଉତ୍ତୋଳନ କରଯାଇଥାଏ ଓ ଉତ୍ସବମାନ ଅୟୋଜନ କରାଯାଇଥାଏ । ରାଜଧାନୀ ଦିଲ୍ଲୀରେ ଏହି ଦିନ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କ ନିମନ୍ତେ ଜାତୀୟ ପତାକା ଉତ୍ତୋଳନ କରି ଅଭିଭାଷଣ ଦେଇଥାନ୍ତି ଯାହା ଦେଶସାରା ଟି.ଭି.ରେ ଦେଖାଯାଇଥାଏ । ଏହି ଅଭିଭାଷଣରେ ସେ ଦେଶର ପ୍ରଗତି, ଅସୁବିଧା ଓ ତାହାର ସମାଧାନ ଓ ଆଗକୁ ହେବାକୁ ଥିବା ଉନ୍ନତି ଆଦି ବିଷୟରେ ବଖାଣିଥାନ୍ତି । ଭାରତୀୟ ସ୍ଵାଧୀନତା ସଂଗ୍ରାମ ଓ ସଂଗ୍ରାମୀମାନଙ୍କ ଉପରେ ମଧ୍ୟ ସେ ଅଭିଭାଷଣ ରଖିଥାନ୍ତି ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଇନ୍ଦିରା ପ୍ରିୟଦର୍ଶିନୀ ଗାନ୍ଧୀ, ଭାରତର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଥିଲେ । ପ୍ରଧାନମନ୍ତ୍ରୀ ଭାବେ ୧୯୬୬ରୁ ୧୯୭୭ ଯାଏଁ ଏବଂ ପରେ ୧୯୮୦ରୁ ୧୯୮୪ (ଇନ୍ଦିରା ଗାନ୍ଧୀଙ୍କ ହତ୍ୟା) ପର୍ଯ୍ୟନ୍ତ ସର୍ବାଧିକ ଦିନ ଦେଶର ସେବା କରିବାରେ ସେ ହେଉଛନ୍ତି ଦ୍ଵିତୀୟ ଭାରତୀୟ ପ୍ରଧାନମନ୍ତ୍ରୀ । ଇନ୍ଦିରା ଗାନ୍ଧୀ ଭାରତର ପ୍ରଥମ ପ୍ରଧାନ ମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ଏକମାତ୍ର ସନ୍ତାନ । ୧୯୫୯ ମସିହାରେ ଭାରତୀୟ ଜାତୀୟ କଂଗ୍ରେସର ସଭାପତି ଭାବେ ନିର୍ବାଚିତ ହୋଇ ସେ ତାଙ୍କର ରାଜନୈତିକ ଜୀବନ ଆରମ୍ଭ କରିଥିଲେ । ୧୯୬୪ରେ ପିତାଙ୍କ ମୃତ୍ୟୁ ପରେ ପ୍ରଧାନ ମନ୍ତ୍ରୀ ପଦପାଇଁ ଦୌଡରେ ସାମିଲ ହେବାକୁ ମନାକରି ଲାଲ ବାହାଦୁର ଶାସ୍ତ୍ରୀଙ୍କ ମନ୍ତ୍ରୀମଣ୍ଡଳରେ ଜଣେ କ୍ୟାବିନେଟ ମନ୍ତ୍ରୀଭାବେ ଯୋଗ ଦେଇଥିଲେ । ଶାସ୍ତ୍ରୀଙ୍କ ମୃତ୍ୟୁପରେ, ୧୯୬୬ରେ ଅନୁଷ୍ଠିତ ସାଧାରଣ ନିର୍ବାଚନରେ ସେ ତାଙ୍କ ବିରୋଧୀ ପ୍ରାର୍ଥୀ ମୋରାରଜୀ ଦେଶାଇଙ୍କୁ ପରାସ୍ତ କରି ଭାରତର ପ୍ରଧାନ ମନ୍ତ୍ରୀ ଭାବେ ନିର୍ବାଚିତ ହେଲେ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ଗୋମାଂସ (ଗୋରୁମାଂସ ଓ ହଡ଼ା ଭାବେ ମଧ୍ୟ ଜଣା) ଖାଦ୍ୟ ଭାବେ ବ୍ୟବହୃତ ବିଶେଷ କରି କଙ୍କାଳରୁ ନିଆଯାଇଥିବା ଗୋରୁମାନଙ୍କ ମାଂସକୁ ବୁଝାଏ । ପ୍ରାକୈତିହାସିକ ସମୟରୁ ମଣିଷମାନେ ଗୋମାଂସ ଖାଇଆସୁଛନ୍ତି । ଗୋମାଂସରେ ଉଚ୍ଚମାନର ପୁଷ୍ଟିସାର ଓ ଅନ୍ୟାନ୍ୟ ଖାଦ୍ୟସାର ରହିଛି ।ଗୋମାଂସ କଙ୍କାଳ ମାଂସ ସାଧାରଣତଃ ରୋଷ୍ଟ, ଛୋଟ ରିବ ଓ ଷ୍ଟେକ ଭାବେ କଟାଯାଇଥାଏ (ଏସବୁ ଫିଲେଟ ମିଗନୋନ, ସରଲୋଇନ ଷ୍ଟେକ, ରମ୍ପ ଷ୍ଟେକ, ରିବ ଷ୍ଟେକ, ରିବ ଆଇ ଷ୍ଟେକ, ହ୍ୟାଙ୍ଗର ଷ୍ଟେକ ଆଦି ନାମରେ ଜଣା) ଓ ବାକି କଟା ପ୍ରଣାଳୀରେ ମାଂସକୁ ବିଭିନ୍ନ ପ୍ରକ୍ରିୟାକରଣ କରାଯାଇଥାଏ (ଯଥା କର୍ଣଡ଼ ବିଫ ଓ ବିଫ ଜର୍କି) । ସସେଜରେ ବୟସ୍କ (ତେଣୁ ଶକ୍ତ) ଗୋରୁମାଂସକୁ ଟ୍ରିମିଂ ମିଶାଇ ଗୁଣ୍ଡକରି, ଛୋଟ ଛୋଟ ଖଣ୍ଡ କରି କାଟି (ମିନ୍ସିଂ) ବ୍ୟବହାର କରାଯାଇଥାଏ । କେତେକ ବ୍ଲଡ଼ ସସେଜରେ ରକ୍ତ ମଧ୍ୟ ବ୍ୟବହାର ହୋଇଥାଏ । ଅନ୍ୟାନ୍ୟ ଅଙ୍ଗପ୍ରତଙ୍ଗ ଓ ଓଫାଲ ଯଥା ଗୋରୁ ଲାଞ୍ଜ, ଯକୃତ, ଜିଭ, ପାକସ୍ଥଳୀ କାନ୍ଥମାଂସ ଆଦି ପାକନଳୀ ଓ ରୁମେନ ଏବଂ ଗ୍ରନ୍ଥୀ (ବିଶେଷ କରି ଅଗ୍ନାଶୟ ଓ ଥାଇମସ ଯାହା ସୁଇଟବ୍ରେଡ଼ ନାମରେ ମଧ୍ୟ ଜଣା) ମଧ୍ୟ ଖିଆଯାଇଥାଏ । ଏଥି ସହିତ ହୃତପିଣ୍ଡ, ମସ୍ତିଷ୍କ (ବୋଭାଇନ ସ୍ପଞ୍ଜିଫର୍ମ ଏନସେଫାଲୋପାଥି ବା BSE ଯାହା ମ୍ୟାଡ଼ କାଓ ଡିଜିଜ ବା "ପାଗଳ ଗୋରୁ ରୋଗ" ନାମରେ ଜଣା ରୋଗ ହେଉଥିବାରୁ ଏହା ଖାଇବା ବାରଣ କରାଯାଏ), ବୃକକ, ଓ ଷଣ୍ଢର ଅଣ୍ଡକୋଷ (ଯୁକ୍ତରାଷ୍ଟ୍ର ଆମେରିକାରେ କାଫ ଫ୍ରାଇସ, ପ୍ରେଇରେ ଓଏଷ୍ଟର ଏବଂ ରକି ମାଉଁଣ୍ଟେନ ଓଏଷ୍ଟର ନାମରେ ଜଣା) ଆଦି ମଧ୍ୟ ଖିଆଯାଏ । କେତେକ ପାକନଳୀ ରନ୍ଧାହୋଇ ଯଥାରୀତି ଖିଆଯାଏ ଓ କେତେକ ପ୍ରାକୃତିକ ସସେଜର ଖୋଳ ଭାବେ ବ୍ୟବହାର ହୁଏ । ହାଡ଼ଗୁଡ଼ିକ ବିଫ ଷ୍ଟକ ଭାବେ ବ୍ୟବହାର କରାଯାଏ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ପ୍ଳାସେଣ୍ଟାଲ ଆବରପସନ (ଇଂରାଜୀ ଭାଷାରେ Placental abruption) ନାମ ଦିଆଯାଏ ଯେତେବେଳେ ପ୍ରସବ ପୂର୍ବରୁ ଜରାୟୁରୁ (uterus) ପ୍ଲାସେଣ୍ଟା (placenta) ବିଛିନ୍ନ ହୋଇଯାଏ । ସାଧାରଣ ଭାବରେ ଏହା ପ୍ରାୟ ଗର୍ଭାବସ୍ଥାର ୨୫ ସପ୍ତାହ ବେଳକୁ ହୁଏ । ଯୋନୀପଥ ରକ୍ତସ୍ରାବ (Vaginal bleeding), ନିମ୍ନ ଉଦର ଯନ୍ତ୍ରଣା (abdominal pain), ରକ୍ତସ୍ରାବ ଜନିତ ସକ (dangerously low blood pressure) ଇତ୍ୟାଦି ଲକ୍ଷଣ ଏହି ରୋଗରେ ଦେଖାଯାଏ । ରୋଗ ଜଟିଳ ହେଲେ ମାତାର ଡିସସେମିନେଟେଡ ଇଣ୍ଟ୍ରାଭାସ୍କୁଲାର କୋଆଗୁଲୋପାଥି (disseminated intravascular coagulopathy), ବୃକ୍ଲ ଫେଲ (kidney failure) ଇତ୍ୟାଦି ହୋଇପାରେ । ଶିଶୁର ସ୍ୱଳ୍ପ ଜନ୍ମ ଓଜନ (low birthweight), ପ୍ରିଟର୍ମ ପ୍ରସବ (preterm delivery), ସ୍ଟିଲବାର୍ଥ (stillbirth) ଆଦି ଜଟିଳତା ଦେଖାଯାଇପାରେ । ଏହି ରୋଗର କାରଣ ଅଦ୍ୟାବଧି ଅସ୍ପଷ୍ଟ ଅଛି । ଧୂମ୍ରପାନ, ପ୍ରିଏକ୍ଲାମ୍ପସିଆ, ପୂର୍ବତନ ଆବରପସନ, ଗର୍ଭାବସ୍ଥାରେ ଆଘାତ, କୋକେନ ବ୍ୟବହାର ଓ ପୂର୍ବତନ ସିଜରିଆନ ସେକସନର (caesarean section) ଇତିହାସ ଥିଲେ ଏହି ରୋଗ ସଙ୍କଟ ରହେ । ଲକ୍ଷଣ ଦେଖି ରୋଗ ନିର୍ଣ୍ଣୟ କରାଯାଏ ଓ ଅଲଟ୍ରାସାଉଣ୍ଡ (ultrasound) ସାହାଯ୍ୟରେ ନିଶ୍ଚିତ କରାଯାଏ । ଏହି ରୋଗକୁ ଗର୍ଭର ଜଟିଳତା (complication of pregnancy) ଶ୍ରେଣୀର ଅନ୍ତର୍ଭୁକ୍ତ କରାଯାଏ । ଅଳ୍ପ ପରିମାଣର ଆବରପସନ ଥିଲେ ବିଛଣା ବିଶ୍ରାମ (bed rest) ସୁପାରିସ କରାଯାଏ କିନ୍ତୁ ଉଲ୍ଲେଖନୀୟ ରୋଗ ହୋଇଥିଲେ ବା ପ୍ରସବ ସମୟ ହୋଇଯାଇଥିଲେ ପ୍ରସବ କରେଇବାକୁ (delivery) ଉପଦେଶ ଦିଆଯାଏ । ରୋଗୀର ଅବସ୍ଥା ସ୍ଥିର ଥିଲେ ଯୋନୀପଥ ପ୍ରସବ (vaginal delivery) କରାଯାଏ ଅନ୍ୟଥା ସିଜରିଆନ ସେକସନ (cesarean section) କରିବାକୁ ଉପଦେଶ ଦିଆଯାଏ । ଗର୍ଭ ୩୬ ମାସ ହୋଇଥିଲେ ଶିଶୁର ଫୁସଫୁସ ଉନ୍ନତି ନିମନ୍ତେ କର୍ଟିକୋସ୍ଟିରଏଡ ଦିଆଯାଏ । corticosteroids ରକ୍ତ ଅନ୍ତର୍ଭରଣ (blood transfusion) ବା ଆଶୁ ହିସ୍ଟେରୋକ୍ଟୋମି (emergency hysterectomy) ଆବଶ୍ୟକ ହୋଇପାରେ । ପ୍ରାୟ ୨୦୦ ଗର୍ଭରେ ଜଣକୁ ପ୍ଳାସେଣ୍ଟାଲ ଆବରପସନ ରୋଗ ହୁଏ । ଯୋନୀପଥ ରକ୍ତସ୍ରାବର ସର୍ବାଧିକ କାରଣ ପ୍ଲାସେଣ୍ଟା ପ୍ରିଭିଆ (placenta previa) ଓ ଜରାୟୁ ଫାଟିବା (uterine rupture) ସହିତ ପ୍ଳାସେଣ୍ଟାଲ ଆବରପସନ ରୋଗର ନାମ ନିଆଯାଏ । ଆସନ୍ନ ପ୍ରସବ ସମୟରେ ୧୫% ଶିଶୁ ମୃତ୍ୟୁ ପ୍ଳାସେଣ୍ଟାଲ ଆବରପସନ ଯୋଗୁ ହୁଏ । ସନ ୧୬୬୪ରେ ଏହି ରୋଗ ବିଷୟ ବର୍ଣ୍ଣନା ଅଛି ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ବାଲୁଙ୍କେଶ୍ୱର ମନ୍ଦିର ଓଡ଼ିଶାର ଯାଜପୁର ଜିଲ୍ଲାର ଥିବା କଷବା-ଷାଠିବାଟିରେ ଅବସ୍ଥିତ ଏକ ପୁରାତନ ଶିବ ମନ୍ଦିର । ଏଠାରେ ବାଲୁଙ୍କେଶ୍ୱର ପୂଜା ପାଇଥାନ୍ତି । ଆଗରୁ କଷବା ଓ ଷାଠିବାଟିରେ ବହୁଥିବା ଜୁଣେଇ ନଦୀର ଶୁଖିଲା ଶଯ୍ୟାରେ ଏହି ମନ୍ଦିରଟି ସ୍ଥାପନ ହୋଇଥିଲା । ଏହା ଏକାଦଶ ଶତାବ୍ଦୀରେ ସ୍ଥାପିତ ହୋଇଥିଲା । ଯାଜପୁରର କଇଆଁଗୋଲା ରାସ୍ତାର ମଙ୍ଗଳପୁରଠାରୁ ବଡକୁଆଁଲ ରାସ୍ତାରେ ୧.୫ କି.ମି.ଗଲେ ଥାଲକୁଡ଼ି ପଞ୍ଚାୟତର କଷବା ଏବଂ ପାଲଟପୁର ପଞ୍ଚାୟତର ଷାଠିବାଟିରେ ବାଲୁଙ୍କେଶ୍ୱର ମନ୍ଦିର ରହିଛି ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ଭୂମିକମ୍ପ ଏକ ପ୍ରକୃତିକ ଦୁର୍ବିପାକ ଅଟେ । ଇଂରାଜୀରେ ଏହାକୁ earthquake, quake, tremor ବା temblor କୁହାଯାଏ । ପୃଥିବୀ ପୃଷ୍ଠରୁ ହଠାତ ବହୁତ ପରିମାଣରେ ଶକ୍ତି ନିର୍ଗତ ହେବା ଯୋଗୁଁ ଭୂକମ୍ପୀୟ ତରଙ୍ଗ (seismic wave) ସୃଷ୍ଟି କରେ । ଭୂଗର୍ଭସ୍ଥ ଶିଳାସ୍ତରରେ ଥିବା ତୃଟି ସ୍ଥଳ ଭାଙ୍ଗିଯିବା ଯୋଗୁ ସାଧାରଣତଃ ଭୂମିକମ୍ପ ହୁଏ । ସେଠାରେ ଥିବା ଦୁଇଟି ଶିଳା ବା ପ୍ଲେଟ ପରଷ୍ପର ସହ ଘସି ହୋଇ ସାମାନ୍ୟ ଲାଖିଯାଆନ୍ତି । ସେଗୁଡ଼ିକ ପରଷ୍ପରକୁ ଠେଲୁଥାଆନ୍ତି । ବେଳେ ବେଳେ ଚାପ ଅତ୍ୟାଧିକ ହେଲେ ସେଗୁଡ଼ିକ ଭାଙ୍ଗିଯାଏ ଓ ଭୂମିକମ୍ପ ହୁଏ । ଏହି ସମୟରେ ମଧ୍ୟ ଶିଳା ସ୍ତର ଘୁଞ୍ଚୁଥାଏ । ଆଉଥରେ ଯେତେବେଳେ ଦୁଇ ସ୍ତର ଲାଖିଯାଆନ୍ତି ସେତେବେଳେ ଏହା ବନ୍ଦ ହୁଏ । ଏହି ଚାପଗ୍ରସ୍ତ ସ୍ଥାନର ଠିକ୍ ଉପରକୁ ଥିବା ଭୂପୃଷ୍ଠକୁ ଏପିସେଣ୍ଟର କୁହାଯାଏ । ଭୂମିକମ୍ପର ଆବୃତ୍ତି, ଆକାର ଓ ଟାଇପକୁ ସିସ୍ମିସିଟି, ସିସ୍ମିଜିମ୍ କିମ୍ବା ସିସ୍ମିକ କ୍ରିୟା କୁହାଯାଏ ।
ତପସ୍ଵିନୀ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କଦ୍ଵାରା ରଚିତ ଏକ ପ୍ରମୁଖ କାବ୍ୟ ସଙ୍କଳନ । ଏହାର ରଚନା ୧୯୧୩ ମସିହାରେ ସମାପ୍ତ ହୋଇଥିଲା ଏବଂ ୧୯୧୪ ମସିହାରେ ପ୍ରକାଶିତ ହୋଇଥିଲା । ଏଗାରଟି ସର୍ଗରେ ସମୃଦ୍ଧ ଏହି କାବ୍ୟଗ୍ରନ୍ଥଟିରେ ସୀତାଙ୍କର ଜୀବନ ଓ ଆଦର୍ଶ ବର୍ଣ୍ଣନା କରାଯାଇଛି । 'କରୁଣ ରସ'ରେ ରଚିତ ଏହି କାବ୍ୟଟି ଓଡ଼ିଆ ସାହିତ୍ୟର ଏକ ଅନବଦ୍ୟ କୃତି । ପୁସ୍ତକଟି, ଶ୍ରୀମାନ ରାମନାରାୟଣ ମିଶ୍ରଙ୍କୁ ଉତ୍ସର୍ଗୀକୃତ କରିଯାଇଛି ।
ଗର୍ଭାବସ୍ଥା, (ଅନ୍ୟ ନାମ ପ୍ରେଗନାନ୍ସି ବା ଗ୍ରାଭିଡିଟି ବା ଜେସ୍ଟାସନ, ଇଂରାଜୀରେ ଯଥାକ୍ରମେ Pregnancy or gravidity or gestation) ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଅପତ୍ୟ (offspring) ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ଵାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ମାଗରିଟ୍ ଏଲିଜାବେଥ୍ ନୋବେଲ୍ଙ୍କ ଜନ୍ମ ୨୮ ଅକ୍ଟୋବର, ୧୮୬୭ରେ ଆୟର୍ଲ୍ୟାଣ୍ଡର ଦୁଙ୍ଗାନାଁନ ଗ୍ରାମରେ ହୋଇଥିଲା। ତାଙ୍କ ମାତାଙ୍କ ନାମ ମୈରୀ ଇସାବେଲ୍ ଓ ପିତାଙ୍କ ନାମ ସୈମୁଅଲ୍ ରିଚ୍ମଣ୍ଡ୍ ନୋବେଲ୍ ଥିଲା।ନୋବେଲ୍ଙ୍କ ବଂଶଜ ସ୍କଟିଜ୍ ଥିଲେ କିନ୍ତୁ କିନ୍ତୁ ସେ ନିଜ ପିଲାଦିନ ଆୟର୍ଲ୍ୟାଣ୍ଡରେ ଅତିବାହିତ କରିଥିଲେ।ତାଙ୍କ ପିତା ଜଣେ ପୂଜାରୀ ଥିଲେ,ଯିଏକି ଭଗିନୀ ନିବେଦିତାଙ୍କୁ ବହୁତ ମହତ୍ତ୍ୱପୂର୍ଣ୍ଣ କଥା ଶିଖାଇଥିଲେ,"ମଣିଷର ପୂଜା କରିବା ଭଗବାନଙ୍କ ପୂଜା କରିବା ସହ ସମାନ"।ଯେତେବେଳେ ଭଗିନୀ ନିବେଦିତା ଏକ ବର୍ଷର ହୋଇଥିଲେ ସେତେବେଳେ ସୈମୁଅଲ୍ ଇଂଲଣ୍ଡର ମଞ୍ଚେଷ୍ଟର୍ ଚାଲିଗଲେ।ସେତେବେଳେ କିଶୋରୀ ନିବେଦିତା ନିଜ ଆଇଙ୍କ ସହ ହୈମିଲ୍ଟନ୍, ଆୟାର୍ଲ୍ୟାଣ୍ଡ୍ରେ ରହୁଥିଲେ।ସେ ଯେତେବେଳେ ୪ ବର୍ଷର ହେଲେ ସେତେବେଳେ ସେ ନିଜ ପିତାଙ୍କ ସହ ରହିଲେ।
ଭାରତୀୟ ମହାକାଶ ଗବେଷଣା ସଂସ୍ଥା ବା ଇସରୋ ହେଉଛି ଭାରତ ସରକାରଙ୍କ ପ୍ରମୁଖ ମହାକାଶ ପ୍ରାଧିକରଣ । ଇସରୋ ପୃଥିବୀର ଛଅଟି ବଡ ସରକାରୀ ମହାକାଶ ପ୍ରାଧିକରଣ ମଧ୍ୟରୁ ଅନ୍ୟତମ ଯଥା: ଆମେରିକାର ନାସା (NASA), ଋଷିଆର RKA, ଇଉରୋପର ESA, ଚୀନର CNSA ଓ ଜାପାନର JAXA । ଏହି ସଂଗଠନର ମୂଳ ଉଦ୍ଦେଶ୍ୟ ହେଲା ଅତ୍ୟାଧୁନିକ ମହାକାଶୀୟ ପ୍ରଯୁକ୍ତି ବିଦ୍ୟାର ଉନ୍ନତିକରଣ ଓ ଦେଶର ସ୍ଵାର୍ଥରେ ଏହାର ପ୍ରୟୋଗ ।ଏହା ୧୯୬୯ରେ ପ୍ରତିଷ୍ଠା ହୋଇଥିଲା । ଭାରତୀୟ ରାଷ୍ଟ୍ରୀୟ ଅନ୍ତରୀକ୍ଷ ଅନୁସନ୍ଧାନ ସମିତି (INCOSPAR) ବଦଳରେ ସ୍ଥାପିତ ହୋଇଥିଲା । ଇସରୋର ମୁଖ୍ୟ କାର୍ଯାଳୟ ବାଙ୍ଗାଲୋରଠାରେ ସ୍ଥିତ । ଏହା ଭରତ ସରକାରଙ୍କ ମହାକାଶ ବିଭାଗ ଅନ୍ତର୍ଗତ ଅଟେ, ଯାହାକି ବର୍ତମାନ ପ୍ରଧାନମନ୍ତ୍ରୀଙ୍କ ଅଧୀନରେ କାର୍ଯ୍ୟ କରୁଅଛି ।
ବଲାଙ୍ଗୀର ଜିଲ୍ଲାର ପାଟଣାଗଡ ଉପଖଣ୍ଡ ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ପର୍ବତର ପାଦଦେଶରେ ଥିବା ହରିଶଙ୍କର ଉଭୟ ଶୈବପୀଠ ଓ ପ୍ରାକୃତିକ ସୌନ୍ଦର୍ଯ୍ୟ ପାଇଁ ପ୍ରସିଦ୍ଧ । ଏହାର ଦୂରତା ସଦର ମହକୁମାରୁ ପ୍ରାୟ ୮୦ କି.ମି ହେବ । ଗନ୍ଧମାର୍ଦ୍ଦନ ପର୍ବତର ଉତ୍ତରାଞ୍ଚଳରେ ବରଗଡ଼ ଜିଲ୍ଲାର ପ୍ରସିଦ୍ଧ ନୃସିଂହନାଥ ମନ୍ଦିର ଥିବାବେଳେ ଦକ୍ଷିଣରେ ରହିଛି ହରିଶଙ୍କର । ଏହି ପୀଠରେ ହରି ଓ ଶଙ୍କର ଏକାଠି ପୂଜା ପାଉଥିବାରୁ ଏହି ପୀଠର ସ୍ଵତନ୍ତ୍ରତା ରହିଛି । ହରିଶଙ୍କର ମନ୍ଦିର ଏବଂ ନୃସିଂହନାଥ ମନ୍ଦିର ମଧ୍ୟରେ ଅବସ୍ଥିତ ମାଳଭୂମିରେ ବୌଦ୍ଧ ଧର୍ମାଲମ୍ବୀଙ୍କଦ୍ୱାରା ନିର୍ମାଣ କରାଯାଇଥିବା ଧ୍ୱସ୍ତବିଧ୍ୱସ୍ତ ଏକ ପ୍ରାଚୀନ ପରିମଳଗିରି ବିଶ୍ୱବିଦ୍ୟାଳୟ ରହିଛି ।
'ଗୋ' ଶବ୍ଦର ଅନେକ ଅର୍ଥ ଅଛି । ଯଥା- ଗୋବଂଶ, ପୃଥିବୀ, ଦିଗ,ବାଣୀ, ଇନ୍ଦ୍ରିୟ, ଦୃଷ୍ଟି, କିରଣ, ଜଳ, ଚନ୍ଦ୍ର ଓ ଆହୁରି ଅନେକ । ସୃଷ୍ଟିର ସବୁଠାରୁ ଉପକାରୀ ପ୍ରାଣୀ ଗୋମାତା । ଦ୍ୱାପର ଯୁଗରେ ସ୍ୱୟଂ ଭଗବାନ୍ କୃଷ୍ଣ ଗୋପାଳ ଭାବରେ ଅବତାର ନେଇ ଗୋ-ମହିମାକୁ ପ୍ରଚାର କରିଛନ୍ତି । ଭାରତୀୟ ଧର୍ମ ଶାସ୍ତ୍ରରେ ଗୋ-ମହିମା ଓ ଉପାସନାର ବର୍ଣ୍ଣନା ଅନେକ । ବୈଦିକ କାଳରୁ ଋଷି, ମୁନିଙ୍କ ଠାରୁ ଆରମ୍ଭ କରି ସାଧାରଣ ଲୋକଙ୍କ ପର୍ଯ୍ୟନ୍ତ ସଭିଏ ନିଜର ଭରଣ ପୋଷଣ ନିମନ୍ତେ ମୁଖ୍ୟତଃ କୃଷି ଓ ଗୋ-ପାଳନ ଉପରେ ନିର୍ଭର କରୁଥିଲେ । ଗାଈ ଠାରୁ ଦୁଗ୍ଧ ଆଦି ପଞ୍ଚଗବ୍ୟ(କ୍ଷୀର, ଘିଅ, ଦହି, ଗୋବର ଓ ଗୋମୂତ୍ର) ମିଳୁଥିବା ବେଳେ ବଳଦ ଚାଷ ଓ ପରିବହନରେ ସାହାଯ୍ୟ କରିଥାଏ । ତେଣୁ ଗୋଜାତିକୁ ଗୋସମ୍ପଦ ବୋଲି କୁହାଯାଏ ।
ହାତୀ (ଈଂରାଜୀରେ Elephant) ଏକ ବୃହତାକାର ସ୍ତନ୍ୟପାୟୀ ପ୍ରାଣୀ ଓ ଏହା ସର୍ବବୃହତ୍ ସ୍ଥଳଚର ସ୍ଥନ୍ୟପାୟୀ ଜୀବ । ଜୀବବିଜ୍ଞାନ ଅନୁଯାୟୀ ହାତୀକୁ ଏଲିଫେଣ୍ଟିଡାଏ ପରିବାରରେ ସ୍ଥାନିତ କରାଯାଇଛି । ହାତୀଙ୍କର ତିନୋଟି ଉପ-ପ୍ରଜାତି ଚିହ୍ନଟ କରାଯାଇଛି । ସେଗୁଡ଼ିକ ହେଲେ – ଆଫ୍ରିକୀୟ ବୁଦା ହାତୀ (African bush elephant, ଜୀବବିଜ୍ଞାନ ନାମ Loxodonta africana), ଆଫ୍ରିକୀୟ ଜଙ୍ଗଲ ହାତୀ (African forest elephant, ଜୀବବିଜ୍ଞାନ ନାମ Loxodonta cyclotis) ଏବଂ ଏସୀୟ ହାତୀ (Asian elephant, ଜୀବବିଜ୍ଞାନ ନାମ Elephas maximus) । ଭୌଗୋଳିକ ବିତରଣ ଦୃଷ୍ଟିରୁ ଉପ-ସାହାରା ଆଫ୍ରିକା, ଦକ୍ଷିଣ ଏବଂ ଦକ୍ଷିଣ-ପୂର୍ବ ଏସିଆରେ ହାତୀମାନେ ବ୍ୟାପ୍ତ । ପ୍ରାଚୀନ କାଳର ପ୍ରୋବୋଶିଡିଆ (proboscis-ପ୍ରୋବୋଶିସ୍ ଶବ୍ଦର ଅର୍ଥ ଶୁଣ୍ଢ) ପରିବାରରୁ କେବଳ ଏଲିଫେଣ୍ଟିଡାଏ ପରିବାର ବର୍ତ୍ତମାନ ଜୀବିତ ରହିଛି; କିନ୍ତୁ ଅନ୍ୟ ପରିବାର ଯଥା ଡାଏନୋଥେରିସ୍, ଗୋମ୍ଫୋଥିଅର୍, ମାମ୍ମଥ୍ ଓ ମାଷ୍ଟୋଡନ୍ ଇତ୍ୟାଦିର ଜୀବସମୂହ ଲୋପ ପାଇଗଲେଣି ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ପଶ୍ଚିମ ଓଡ଼ିଶା ( ଇଂରାଜୀ : Western Odisha ) ଓଡ଼ିଶାର କଳାହାଣ୍ଡି ଜିଲ୍ଲାରୁ ଆରମ୍ଭ କରି ସୁନ୍ଦରଗଡ଼ ଜିଲ୍ଲା ପର୍ଯ୍ୟନ୍ତ ପରିବ୍ୟାପ୍ତ ଭୂଖଣ୍ଡକୁ ପଶ୍ଚିମ ଓଡ଼ିଶା କୁହା ଯାଏ । ଏହି ଅଞ୍ଚଳ ଭିତରେ ସମ୍ବଲପୁର ଜିଲ୍ଲା, ବଲାଙ୍ଗୀର , ବରଗଡ଼, ଦେବଗଡ଼ , ଝାରସୁଗୁଡା , କଳାହାଣ୍ଡି , ବୌଦ, ସୁନ୍ଦରଗଡ଼ ନୂଆପଡ଼ା ,ସୁବର୍ଣ୍ଣପୁର ଜିଲ୍ଲା ( ସୋନପୁର) ଜିଲ୍ଲା ସମୂହ ସହ ଅନୁଗୁଳ ଜିଲ୍ଲାର ଆଠମଲ୍ଲିକ ସବ ଡିଭିଜନ ଅନ୍ତର୍ଭୁକ୍ତ । ଏହାକୁ କୋଶଳ ଅଞ୍ଚଳ ବୋଲି କହାଯାଏ । ପଞ୍ଚମ ଶତାବ୍ଦୀ ପୂର୍ବରୁ ଏହି ଅଞ୍ଚଳ ଦକ୍ଷିଣ କୋଶଳ ନାମରେ ପରିଚିତ ଥିଲା ଏବଂ ଏହା ଏକ ବିଶାଳ ଭୌଗୋଳିକ ଅଞ୍ଚଳ ଥିଲା । ଏହା କୃଷିପ୍ରଧାନ ଅଞ୍ଚଳ ଭାବରେ ଏକ ସାଂସ୍କୃତିକ ସମନ୍ନ୍ୟୟ ପୂର୍ଣ ଅଞ୍ଚଳ ଥିଲା । ଏବେ କଳାହାଣ୍ଡି , କୋରାପୁଟ ଓ ବଲାଙ୍ଗିର ମରୁଡ଼ି ପ୍ରବଣ ଜିଲ୍ଲା ଭାବେ KBK ନାମରେ ଚିହ୍ନିତ ହେଇ ଅନେକ ବର୍ଷ ହେଲା କେନ୍ଦ୍ର ତଥା ରାଜ୍ୟ ସରକାରଙ୍କଦ୍ଵାରା ସ୍ଵତନ୍ତ୍ର ସାହାଯ୍ୟ ପ୍ରାପ୍ତ ହେଇଥିଲେ ମଧ୍ୟ ଖୁବ ଦରିଦ୍ର ଓ ଅନା ଟନ ଭିତରେ ଏହାର ଅଧିକାଂଶ ଅଧିବାସୀ ରହିଛନ୍ତି । ପୁଣି ପୁରା ପଶ୍ଚିମ ଓଡ଼ିଶାର ବିକାଶ ପାଇଁ ରାଜ୍ୟ ସରକାର ସ୍ଵତନ୍ତ୍ର 'ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ' ( WODC ) ଗଠନ କରିଛନ୍ତି ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଓଡ଼ିଶାର ସଂସ୍କୃତି ଏବଂ ପରମ୍ପରାର ଏକ ମୁଖ୍ୟ ଅଙ୍ଗ ହେଉଛି ବୟନ ଶିଳ୍ପ । ଏହାର ବାନ୍ଧ କଳା ବିଶ୍ଵ ପ୍ରସିଦ୍ଧ । ସମ୍ବଲପୁରୀ ଶାଢୀ,ବରହମପୁରୀ ପାଟ , ସକତାପର ଶାଢୀ, ଖଣ୍ଡୁଆ ପାଟ, କୋଟପାଡ ବସ୍ତ୍ର ଆଦି କେବଳ ଦେଶରେ ନୁହେଁ ବିଦେଶରେ ମଧ୍ୟ ଜନାଦୃତ । ଆମ ରାଜ୍ୟରେ ବୟନ ଶିଳ୍ପକୁ କେବଳ ବ୍ୟବସାୟିକ ଦୃଷ୍ଟିରେ ଦେଖାଯାଏ ନାହିଁ, ବରଂ ଏହା ଆମ ସଂସୃତିର ଏକ ପରିଭାଷା । ପିଢି ପିଢି ଧରି ଓଡ଼ିଶାର ଅଧିକାଂଶ ଗ୍ରାମ ନିଜ ଅଞ୍ଚଳର ପ୍ରସିଦ୍ଧ ବୟନ କଳାକୁ ପରମ୍ପରା, ବୃତ୍ତି ତଥା ରୋଜଗାର ଭାବରେ କରି ଆସୁଛନ୍ତି ।
ଯୋଗ (ଇଂରାଜୀ:Yoga ( /ˈjoʊɡə/; ସଂସ୍କୃତ: योग, Listen) ପ୍ରାଚୀନ ଭାରତରେ ପ୍ରାୟ ୬୦୦୦ ବର୍ଷ ପୂର୍ବେ ବିକଶିତ ହୋଇଥିବା ଶରୀର,ମନ ଓ ଆତ୍ମାକୁ ସଂଯମ କରିବାର ଏକ ଆଧ୍ୟାତ୍ମିକ ପଦ୍ଧତି । ଯୋଗର ଅନେକ ଅନେକ ଶାଖା ଓ ଅଭ୍ୟାସ ରହିଛି । ଏହାର ହିନ୍ଦୁଧର୍ମ, ବୌଦ୍ଧଧର୍ମ ଓ ଜୈନଧର୍ମରେ ବିଭିନ୍ନ ସାଧନା ମାର୍ଗ ରହିଛି । ଯୋଗର ବହୁ ଶାଖା ମଧ୍ୟରେ ରାଜଯୋଗ ଓ ହଠଯୋଗ ବିଶେଷ ପ୍ରସିଦ୍ଧ ।
ଡାହୁକ (ଇଂରାଜୀ ନାମ white-breasted waterhen, ଜୀବ ବିଜ୍ଞାନ ନାମ Amaurornis phoenicurus) ହେଉଛି ଏକ ରେଲ ଓ କ୍ରେକ ପରିବାରର ଜଳପକ୍ଷୀ ଯାହାକି ଭାରତୀୟ ଉପମହାଦେଶ ତଥା ଦକ୍ଷିଣ ପୂର୍ବ ଏସିଆରେ ଦେଖାଯାଏ । ସଧାରଣତଃ ସେମାନଂକ ଦେହର ରଂଗ ଗାଢ ସ୍ଲେଟ (କଳା) ହୋଇଥାଏ, ତଥା ସେମାନଂକ ମୁହଁ, ଛାତି ଓ ପେଟ ସଫା ଧଳା ରଂଗର ହୋଇଥାଏ । ସେମାନେ କିଛି ମାତ୍ରାରେ ଅନ୍ୟାନ୍ୟ ରେଲ ପ୍ରଜାତିର ଚଢେଇଂକ ଠାରୁ ସାହାସୀ, ଅନେକ ସମୟରେ ଖୋଲା ସଂତସଂତିଆ ସ୍ଥାନ ଏପରିକି ବ୍ୟସ୍ତବହୁଳ ରାସ୍ତା ନିକଟ ନାଳ ମାନଂକରେ ନିଜର ଲାଂଜକୁ ଉପରକୁ ଟେକି ଚାଲି ଥାଆଂତି । ଏମାନେ ସାଧାରଣତଃ ଉଷା ତଥା ଗୋଧୂଳି (ଅର୍ଥାତ ସକାଳ ଓ ସଂଧ୍ୟା) ସମୟରେ ସକ୍ରିୟ ଥାଆଂତି ।
ସଖୀକଣ୍ଢେଇ ନାଚ (ଅନ୍ୟନାମ: ସଖୀ ନାଚ, କଣ୍ଢେଇ ନାଚ) ଓଡ଼ିଶାର ଏକ ପାରମ୍ପାରିକ ନାଚ । ଏହା କେନ୍ଦ୍ରାପଡ଼ା ଜିଲ୍ଲାରୁ ଆରମ୍ଭ ହୋଇଥିଲା । କ୍ରମଶଃ ଏହି ନାଚ ଆଗ ଭଳି ଗ୍ରାମାଞ୍ଚଳ କିମ୍ବା ସହରରେ ଆଉ ଦେଖିବାକୁ ମିଳୁନାହିଁ। ବର୍ତ୍ତମାନ କେବଳ କେନ୍ଦ୍ରାପଡ଼ା ଜିଲ୍ଲାରେ ମନ୍ତ୍ରୀପଡ଼ା ସଖୀ କଣ୍ଢେଇ ନାଚ ଦଳ ଦେଖିବାକୁ ମିଳନ୍ତି। ଏକ ସୁସଜ୍ଜିତ ମଞ୍ଚ ଉପରେ କଣ୍ଢେଇ ନାଚ ପ୍ରଦର୍ଶିତ କରାଯାଏ । ସାଧାରଣ ମଣିଷଙ୍କ ଭଳି କଣ୍ଢେଇମାନଙ୍କୁ ନାନାଦି ବେଶଭୂଷା କରି ତାରଦ୍ୱାରା ସଂଯୋଗ କରାଯାଇଥାଏ । ଗୀତର ତାଳେ ତାଳେ କଣ୍ଢେଇମାନଙ୍କର ନୃତ୍ୟ ଓ ବିଭିନ୍ନ ଅଙ୍ଗଭଙ୍ଗୀ ପ୍ରଦର୍ଶିତ କରିବା ପାଇଁ, ନାଚ ଦଳର ଜଣେ ସଦସ୍ୟଦ୍ୱାରା କଣ୍ଢେଇଗୁଡ଼ିକୁ ସଂଯୋଗ କରାଯାଇଥିବା ତାରକୁ ଧରି ପରଦାର ନେପଥ୍ୟରେ ନିୟନ୍ତ୍ରିତ କରିଥାନ୍ତି। ସଖୀ କଣ୍ଢେଇ ନାଚ ଦଳରେ ଅତି କମ୍ରେ ୭ଜଣ କଳାକାର ଆବଶ୍ୟକ । ତିନିଜଣ କଣ୍ଢେଇ ନଚାଉଥିବାବେଳେ ଜଣେ ହାରମୋନିୟମ ବଜାନ୍ତି । ଏହାଛଡ଼ା ଜଣେ ଢୋଲକି ଓ ଜଣେ ଗିନି ବଜାନ୍ତି । ବିଭିନ୍ନ ପ୍ରସଙ୍ଗ ଉପରେ ବାଦ୍ୟଯନ୍ତ୍ର ଓ ସଂଗୀତ ସହ ତାଳ ଦେଇ ସଖୀକଣ୍ଢେଇ ନାଚ ହୁଏ । ନାଚ ମଧ୍ୟରୁ ବଂଶୀଚୋରି, ବାଟଛାଡ଼ ନାଗର, ଦ୍ରୌପଦୀ ବସ୍ତ୍ରହରଣ, ନାବକେଳି, ରାଧୀକା ଓ ଦୂତୀ, ଲଳିତା ଓ ଦୂତୀ, ଶବର ଶବରୁଣୀ ନାଚ ଅଧିକ ହୁଏ । ନାଚର ପ୍ରସଙ୍ଗ ଉପରେ ଜଣେ ମଧୁର କଣ୍ଠରେ ଗୀତ ବୋଲି ଦର୍ଶକଙ୍କୁ ଆମୋଦିତ କରନ୍ତି । ଏକ ଘଣ୍ଟା ମଧ୍ୟରେ ୮ରୁ ୧୦ ପ୍ରକାରର ନାଚ ପ୍ରଦର୍ଶିତ କରାଯାଏ । ପ୍ରଚାର ଓ ପ୍ରସାର ଅଭାବରୁ ତାରଦ୍ୱାରା ସଖୀ କଣ୍ଢେଇ ନାଚ ସମ୍ପୂର୍ଣ୍ଣ ଲୋପ ପାଇ ଯାଇଛି । କିନ୍ତୁ ଜିଲ୍ଲାର ସଦର ମହକୁମାଠାରୁ ପ୍ରାୟ ୧୦ କିଲୋମିଟର ଦୂରରେ ଥିବା ଡେରାବିଶି ବ୍ଳକ ଅନ୍ତର୍ଗତ କୁରୁଜଙ୍ଗା ପଞ୍ଚାୟତର ମନ୍ତ୍ରୀପଡ଼ା ଗ୍ରାମର କେଳା ବସ୍ତିରେ ଏହି ନାଚର ଅସ୍ତିତ୍ୱ ରହିଛି । ପୂର୍ବରୁ ତାର ସାହାଯ୍ୟରେ ସଖୀ କଣ୍ଢେଇ ନଚା ଯାଉଥିଲା । ସେ ପ୍ରଥା ବନ୍ଦ ହୋଇଯିବାରୁ ଏବେ କାଠ କଣ୍ଢେଇକୁ ବେଶ ପୋଷାକରେ ସଜାଇ ହାତରେ ନଚାଉଛନ୍ତି । ବିଭିନ୍ନ ସମୟରେ ଘରୋଇ ସାଂସ୍କୃତିକ ସଙ୍ଗଠନ ଉଦ୍ୟମରେ ଏମାନେ ଭୁବନେଶ୍ୱର, ଦିଲ୍ଲୀ, ମୁମ୍ବାଇ, କଲିକତା ଯାଆନ୍ତି ।
ପୁରାଣରୁ ଜଣାଯାଏ ଯେ, ବ୍ରହ୍ମାଙ୍କ ପୁତ୍ରମାନେ ଋଷି ଥିଲେ ଓ ଭଗବାନ୍ ଶିବଙ୍କର ଭକ୍ତମାନେ ମଧ୍ୟ ଋଷି ଥିଲେ ସେମାନେ ମାନବ, ଦେବତା ଏତତ୍ବ୍ୟତୀତ ପଶୁ-ପକ୍ଷୀ, ସମୁଦ୍ର, ନଦୀ, ପାହାଡ଼ ଏବଂବୃକ୍ଷଲତାମାନଙ୍କ ହିତ ପାଇଁ ଅନେକ କାର୍ଯ୍ୟ କରିବା ସହିତ ଅନେକ ବିଧିବିଧାନ ପ୍ରଚଳନ କରିଛନ୍ତି ପ୍ରଥମ ମନୁ ସ୍ୱୟଂଭୁବ ମନୁଙ୍କ ଠାରୁ ଆରମ୍ଭ କରି ବୌଦ୍ଧ ପର୍ଯ୍ୟନ୍ତ ସମସ୍ତ ଋଷି ଓ ମୁନି ଥିଲେ ହିନ୍ଦୁ ପୁରାଣରେ ଥିବା ମନ୍ୱନ୍ତରରେ ଋଷିଙ୍କ ଜ୍ଞାନକୁ ପରିଭାଷିତ/ବର୍ଣ୍ଣନା କରାଯାଇଛି ପ୍ରତ୍ୟେକ ମନ୍ୱନ୍ତରରେ ୭ଟି ପ୍ରମୁଖ ଋଷିଙ୍କ ନାମ ଉଲ୍ଲେଖ କରାଯାଇଛି ବିଷ୍ଣୁ ପୁରାଣ ଅନୁସାରେ ପ୍ରଥମ ମନ୍ୱନ୍ତରରେ ମରୀଚି, ଅତ୍ରି, ଅଙ୍ଗିରା, ପୁଲସ୍ତ୍ୟ, ପୁଲହ, କ୍ରତୁ ଏବଂ ବଶିଷ୍ଠ ଆଦି ସପ୍ତଋଷିଙ୍କୁ ସପ୍ତର୍ଷିମଣ୍ଡଳ କୁହାଯାଏ ଦ୍ୱିତୀୟ ସ୍ୱାରୋଚିଷ ମନ୍ୱନ୍ତରରେ ଉର୍ଜ୍ଜ, ସ୍ତମ୍ଭ, ବାତ, ପ୍ରାଣ, ପୃଷଭ, ନିରୟ ଏବଂ ପରୀବାନ୍ ପ୍ରଭୃତି ସାତଟି ଋଷି ରହିଛନ୍ତି ତୃତୀୟ ଉତ୍ତମ ମନ୍ୱନ୍ତରରେ ମହର୍ଷି ବଶିଷ୍ଠଙ୍କ ସାତ ପୁତ୍ର ଥିବାବେଳେ ଚତୁର୍ଥ ମାନସ ମନ୍ୱନ୍ତରରେ ଜ୍ୟୋତିର୍ଧାମା, ପୃଥୁ, କାବ୍ୟ, ଚୈତ୍ର, ଅଗ୍ନି, ବନକ ଏବଂ ପୀବର ଋଷି ଅନ୍ତର୍ଭୁକ୍ତ ସେହିପରି ପଞ୍ଚମ ରୈବତ୍ ମନ୍ୱନ୍ତରରେ ହିରଣ୍ୟରୋମା, ବେଦଶ୍ରୀ, ଊର୍ଦ୍ଧ୍ୱ, ବାହୁ, ବେଦବାହୁ, ସୁଧାମା, ପର୍ଜନ୍ୟ ଏବଂ ମହାମୁନି ଋଷି ଥିବାବେଳେ ଷଷ୍ଠ ଚାକ୍ଷୁଷ ମନ୍ୱନ୍ତରରେ ସୁମେଧା, ବିରଜା, ହବିଷ୍ମାନ, ଉତ୍ତମ, ମଧୁ, ଅତିନାମା ଏବଂ ସହିଷ୍ଣୁ ଋଷି ଅଛନ୍ତି ସପ୍ତମ ବୈବସ୍ୱତ ମନ୍ୱନ୍ତରରେ କଶ୍ୟପ, ଅତ୍ରି, ବଶିଷ୍ଠ, ବିଶ୍ୱାମିତ୍ର, ଗୌତମ, ଜଗଦମ୍ନି ଏବଂ ଭରଦ୍ୱାଜ ଋଷି ଅଛନ୍ତି ଭବିଷ୍ୟ ଅଷ୍ଟମ ସ୍ୱର୍ଣ୍ଣିକ ମନ୍ୱନ୍ତରରେ ଗାଲବ, ଦୀପ୍ତିମାନ୍, ପର୍ଶୁରାମ, ଅଶ୍ୱତ୍ଥାମା, କୃପ, ଋଷିଶୃଙ୍ଗ୍ୟ ଏବଂ ବ୍ୟାସ ଥିବାବେଳେ ନବମ ଦକ୍ଷସାବର୍ଣ୍ଣି ମନ୍ୱନ୍ତରରେ ମେଧାତିଥି, ବସୁ, ସତ୍ୟ, ଜ୍ୟୋତିଷ୍ମାନ୍, ଦ୍ୟୁତିମାନ, ସବନ୍ ଏବଂ ଭବ୍ୟ ଋଷି ବିରାଜମାନ ଦଶମ ବ୍ରହ୍ମାସାବର୍ଣ୍ଣି ମନ୍ୱନ୍ତରରେ ତପୋମୂର୍ତ୍ତି, ହବିଷ୍ମାନ୍, ସୁକୃତ, ସତ୍ୟ, ନାଭାଗ, ଅପ୍ରିତିମୌଜା ଏବଂ ସତ୍ୟକେତୁ ଥିବାବେଳେ ଏକାଦଶ ଧର୍ମସାବର୍ଣ୍ଣି ମନ୍ୱନ୍ତରରେ ବପୁଷ୍ମାନ୍, ଘୃଣି, ଆରୁଣି, ନିଃସ୍ୱର, ହବିଷ୍ମାନ୍, ଅନଘ ଏବଂ ଅଗ୍ନିତେଜା ରହିଛନ୍ତି ଦ୍ୱାଦଶ ରୁଦ୍ରସାବର୍ଣ୍ଣି ମନ୍ୱନ୍ତରରେ ତପୋଦ୍ୟୁତି, ତପସ୍ୱୀ, ସୁତପା, ତପୋମୂର୍ତ୍ତି, ତପୋନିଧି, ତପୋରତି ଏବଂ ତପୋଧୃତି ଋଷିମାନେ ବିଦ୍ୟମାନ ତ୍ରୟୋଦଶ ଦେବସାବର୍ଣ୍ଣି ମନ୍ୱନ୍ତରରେ ଧୃତିମାନ, ଅବ୍ୟୟ, ତତ୍ୱଦର୍ଶୀ, ନିରୂତ୍ସକ, ନିର୍ମୋହ, ସୁତପା ଏବଂ ନିଷ୍ପ୍ରକମ୍ପ ଥିବାବେଳେ ଚତୁର୍ଦ୍ଦଶ ଇନ୍ଦ୍ରସାବର୍ଣ୍ଣି ମନ୍ୱନ୍ତରରେ ଅଗ୍ନିଧ୍ର, ଅଗ୍ନି, ବାହୁ, ଶୁଚି, ଯୁକ୍ତ, ମଗଧ, ଶୁକ୍ର ଏବଂ ଅଜିତ ଅନ୍ତର୍ଭୁକ୍ତ ଏହି ଋଷିମାନଙ୍କ ମଧ୍ୟରୁ କିଛି କଳ୍ପାନ୍ତ-ଚିରଞ୍ଜିବୀ, ମୁକ୍ତାତ୍ମା ଏବଂ ଦିବ୍ୟଦେହଧାରୀ ଥିଲେ ଶତପଥ ବ୍ରାହ୍ମଣ ଅନୁସାରେ ଗୌତମ, ଭରଦ୍ୱାଜ, ବିଶ୍ୱାମିତ୍ର, ବଶିଷ୍ଠ, କଶ୍ୟପ ଏବଂ ଅତ୍ରି ରହିଥିବା ବେଳେ ମହାଭାରତ ଅନୁସାରେ ମରିଚି, ଅତ୍ରି, ଅଙ୍ଗିରା, ପୁଲହ, କ୍ରତୁ, ପୁଲସ୍ତ୍ୟ ଏବଂ ବଶିଷ୍ଠ ଋଷିଙ୍କୁ ସପ୍ତର୍ଷି ବୋଲି ମାନିଥାନ୍ତି ମହାଭାରତର ରାଜଧର୍ମ ଏବଂ ଧର୍ମର ପ୍ରାଚୀନ ଆଚାର୍ଯ୍ୟଙ୍କ ନାମ ବୃହସ୍ପତି, ବିଶାଳାକ୍ଷ(ଶିବ), ଶୁକ୍ର, ସହସ୍ରାକ୍ଷ, ମହେନ୍ଦ୍ର, ପ୍ରାଚେତସ ମନୁ, ଭରଦ୍ୱାଜ ଏବମ୍ ଗୌରସିରସ ମୁନି କୌଟିଲ୍ୟଙ୍କ ଅର୍ଥଶାସ୍ତ୍ରରେ ମନୁ, ବୃହଷ୍ପତି, ଉଶନସ(ଶୁକ୍ର), ଭରଦ୍ୱାଜ, ବିଶାଳାକ୍ଷ(ଶିବ), ପରାଶର, ପିଶୁନ୍, କୌଣପଦନ୍ତ, ବତବ୍ୟାଧି ଏବଂ ବହୁଦନ୍ତି ପୁତ୍ର ଥିବାବେଳେ ବୈବସ୍ୱତ ମନ୍ୱନ୍ତରରେ ବଶିଷ୍ଠ ଋଷି ଅଛନ୍ତି ଏହି ମନ୍ୱନ୍ତରରେ ବଶିଷ୍ଠ ଋଷିଙ୍କୁ ବ୍ରହ୍ମର୍ଷି ଉପାଧି ଦିଆଯାଇଥିଲା
ବିଜୟାନନ୍ଦ ସିଂହ(ଜନ୍ମ: ୧୯୫୯), ଜଣେ ଓଡ଼ିଆ ଗାଳ୍ପିକ, ପ୍ରାବନ୍ଧିକ, ଗବେଷକ, ସଂକଳକ ଏବଂ ଅଧ୍ୟାପକ ଅଟନ୍ତି । ତାଙ୍କର ଏଯାବତ ୫୦ରୁ ଅଧିକ ପୁସ୍ତକ ପ୍ରକାଶିତ ହୋଇସାରିଛି । ସେ ଓଡ଼ିଶାର ବହୁ ସାହିତ୍ୟିକ ଓ ସାଂସ୍କୃତିକ ଅନୁଷ୍ଠାନ ସହିତ ମଧ୍ୟ ଜଡ଼ିତ । ବର୍ତ୍ତମାନ ସେ ଓଡ଼ିଆ ସାହିତ୍ୟ ଏକାଡେମୀର କାର୍ଯ୍ୟକାରିଣୀ କମିଟି ସଦସ୍ୟ ଏବଂ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପଦେଷ୍ଟାଭାବରେ କାର୍ଯ୍ୟରତ । ଉତ୍କଳ ସାହିତ୍ୟ ସମାଜର ସଭାପତି ଭାବରେ ମଧ୍ୟ ସେ କାର୍ଯ୍ୟ କରିଛନ୍ତି ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ଵଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏହି ଦିନଟିକୁ ସାଧାରଣତନ୍ତ୍ର ଦିବସ ରୂପେ ପାଳନ କରାଯାଏ । ସାଧାରଣତନ୍ତ୍ର ଦିବସରେ ରାଷ୍ଟ୍ରପତି ରାଜଧାନୀ ଦିଲ୍ଲୀର ଲାଲକିଲ୍ଲା ଦୁର୍ଗଠାରେ ଜାତୀୟ ପତାକା ଉତ୍ତୋଳନ କରି ଭାରତୀୟ ସାମରିକ ବାହିନୀ,ଅର୍ଦ୍ଧ ସାମରିକ ବାହିନୀ,ପୁଲିସ ବାହିନୀ ଓ ଦେଶର ବିଭିନ୍ନ ଅଂଚଳରୁ ଆସିଥିବା କ୍ୟାଡେଟ ମାନଙ୍କଠାରୁ ପ୍ୟାରେଡ଼ ଅଭିବାଦନ ଗ୍ରହଣ କରନ୍ତି ।
ଶ୍ରୀନିବାସ ରାମାନୁଜନ FRS ( pronunciation ) (୨୨ ଡିସେମ୍ବର ୧୯୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ ’ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ଵବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ଵବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
ପଞ୍ଚଲିଙ୍ଗେଶ୍ଵର ଶିବ ମନ୍ଦିର ଓଡ଼ିଶାର ବାଲେଶ୍ଵର ଜିଲାର ନୀଳଗିରି ପାଖରେ ଥିବା ପଞ୍ଚଲିଙ୍ଗେଶ୍ଵରରେ ଅବସ୍ଥିତ । ଏହି ଲିଙ୍ଗଗୁଡ଼ିକର ଦର୍ଶନ କରିବା ପାଇଁ ଜଣକୁ ପାହାଡ଼଼ି ଚଟାଣ ଭିତରେ ବହିଯାଇଥିବା ଝରଣା ପାଣି ଦେଇ ହାତରେ ଛୁଇଁ ଜାଣିବାକୁ ପଡ଼ିବ । ଏଠାରେ ପାହାଡ଼଼ୀ ଝରଣା ଭିତରେ ପାଞ୍ଚୋଟି ଶିବଲିଙ୍ଗ ପୂଜାପାଉଛନ୍ତି ଯାହାଙ୍କ ନାମ ଅନୁସାରେ ଏହି ଜାଗାର ନାମ ପଞ୍ଚଲିଙ୍ଗେଶ୍ଵର ହୋଇଅଛି ।ବାଲେଶ୍ୱର ସମୁଦ୍ର ଉପକୂଳରେ ବଙ୍ଗୋପସାଗରର ବେଳାଭୂମିକୁ ସାମନ୍ତରାଳଭାବରେ କୁପାରୀ ଠାରୁ ନୀଳଗିରି ପର୍ଯ୍ୟନ୍ତ ପୂର୍ବଘାଟ ପର୍ବତମାଳା ଲମ୍ବିଆସିଛି । ୧୦୦୦ ଫୁଟ ଛୋଟ ଛୋଟ ପାହାଡ଼ "ଦେବଗିରି" ପର୍ବତମାଳାର ପଞ୍ଚେଲିଙ୍ଗେଶ୍ୱର ଏକ ଅଂଶ ବିଶେଷ । ଏହି ଶୈବପୀଠର ପାଦଦେଶରେ ଝରଣାଟିଏ ବହିଯାଇଛି । ଏହି ଜଳସ୍ରୋତ ମଧ୍ୟରେ ଅଦୃଶ୍ୟ ପାଞ୍ଚଗୋଟି ଲିଙ୍ଗ ହେଉଛନ୍ତି ପଞ୍ଚେଲିଙ୍ଗେଶ୍ୱର ପୀଠ । ଭକ୍ତମାନେ ଜଳସ୍ରୋତ ମଧ୍ୟରେ ପଞ୍ଚେଲିଙ୍ଗେଶ୍ୱରଙ୍କୁ ଦର୍ଶନ କରି ପୂଜାକରନ୍ତି । ପ୍ରସ୍ତର ଉପରେ ବସି ପୁଜକ ଶିବଲିଙ୍ଗ ପୂଜା କରିଥାନ୍ତି । ରାଜ୍ୟ ପର୍ଯ୍ୟଟନ ତରଫରୁ ଯାତ୍ରୀନିବାସର ଆନୁସାଙ୍ଗିକ ବ୍ୟବସ୍ଥା ମଧ୍ୟ ରହିଛି । ସରସ୍ୱତୀ ପୂଜା ସମୟରେ ପାଞ୍ଚ ଦିନ ବ୍ୟାପୀ ମେଳା ହୁଏ । ବହୁ ଲୋକ ଏଠାକୁ ଆସି ଦେବଦର୍ଶନ କରିଥାନ୍ତି ଓ ମନୋହାରୀ ଜିନିଷ କିଣିଥାନ୍ତି । ଦେବଗିରି ପର୍ବତର ଶିଖର ଦେଶରେ ମଣ୍ଡଳେଶ୍ୱରୀ ଦେବୀସ୍ଥାନ ରହିନ୍ତି । ଏହାଙ୍କୁ ବର୍ଷାଦେବୀ ମଧ୍ୟ କହାଯାଏ । ବର୍ଷା ନହେଲେ ଦେବୀଙ୍କୁ ପୂଜାକଲେ ବର୍ଷା ହୋଇଥାଏ ବୋଲି ଲୋକବିଶ୍ୱାସ ରହିଛି । ଦେବଗିରି ପର୍ବତମାଳା ପରିବେଷ୍ଟିତ ପର୍ବତର ଶୀର୍ଷଦେଶରୁ ମଙ୍ଗଳପୁର ପ୍ରାଚୀନ ପଥ ଓ ଦୁର୍ଗପର୍ଯ୍ୟନ୍ତ ଏକ ସୁଡ଼ଙ୍ଗ ରହିଛି । ଜନଶୃତି ଅଛି ଯେ ପଞ୍ଚଲିଙ୍ଗେଶ୍ୱର ପାହାଡ଼ର ପାଦଦେଶରୁ ଏହି ସୁଡଙ୍ଗ ରହିଛି ।
ଭାରତୀୟ ସମ୍ବିଧାନର ମୁଖବନ୍ଧ ଓ ମୌଳିକ ବୈଶିଷ୍ଟ୍ୟ
ଭାରତୀୟ ସମ୍ବିଧାନର ବୈଶିଷ୍ଟ୍ୟ ବର୍ଣ୍ଣନା କଲାବେଳେ କେତେକ ପ୍ରଧାନ ବ୍ୟବସ୍ଥା ପ୍ରତି ଦୃଷ୍ଟିଦେବାକୁ ହୁଏ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ଵରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ଭଲପାଏ ତତେ ୧୦୦ରୁ ୧୦୦, ୨୦୧୫ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରର ପ୍ରଯୋଜନା କରିଥିଲେ ସୀତାରମ ଅଗ୍ରୱାଲ । ରଣଜିତ ପଟ୍ଟନାୟକ ଏହି କଥାଚିତ୍ରର ସଂଳାପ ଲେଖିଥିଲେ । ନିର୍ଦ୍ଦେଶନ ସୁଧାଂଶୁ ମୋହନ ସାହୁ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତ ନିର୍ଦ୍ଦେଶକ ବିକାଶ ଦାସ ଏହି ଚଳଚ୍ଚିତ୍ରଟିରେ ସ୍ୱର ସଂଯୋଜନା କରିଥିଲେ । ଗୀତିକାର ଶ୍ରୀକାନ୍ତ ଗୌତମ ଏହି କଥାଚିତ୍ରର ଗୀତଗୁଡ଼ିକ ରଚନା କରିଥିଲେ । ନମିତା ଅଗ୍ରୱାଲ, ସୌରିନ ଭଟ୍ଟ, ବାବୁଶାନ୍ ଆଦି କଣ୍ଠଶିଳ୍ପୀମାନେ କଥାଚିତ୍ରଟିରେ କଣ୍ଠଦାନ କରିଥିଲେ ।ଏହି ଚଳଚ୍ଚିତ୍ରର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ବାବୁଶାନ୍ । ବାବୁଙ୍କ ସହ ନାୟିକା ଭୂମିକାରେ ଅଭିନୟ କରିଥିଲେ ଶୀତଲ ପାତ୍ର ଓ ସୂର୍ଯ୍ୟମୟୀ ମହାପାତ୍ର । ସୂର୍ଯ୍ୟମୟୀ ସାର୍ଥକ ଟିଭିରେ ପ୍ରସାରିତ କାର୍ଯ୍ୟକ୍ରମ ମୁ ବି ହିରୋଇନ ହେବିରେ ଅଂଶଗ୍ରହଣ କରିଥିଲେ ଏବଂ ବିଜୟୀ ହେବାପରେ ଏହି ଚଳଚ୍ଚିତ୍ରଟିରେ ତାଙ୍କୁ ଅଭିନୟର ସୁଯୋଗ ମିଳିଥିଲା । ହରିହର ମହାପାତ୍ର, ପୃଥିରାଜ, ଅମିତ ପାଣି, ଦେବାଶିଷ ପାତ୍ର ଆଦି କଳାକାରମାନେ ଏହି ଚଳଚ୍ଚିତ୍ରରେ ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।