ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ଵର ବିଭିନ୍ନ ସ୍ଥାନରୁ ସ୍ଵେଚ୍ଛାସେବକ ମାନଙ୍କ ଅବଦାନଦ୍ଵାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ଵର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ବରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ଵାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ବାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ଵର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ଵଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ନଟବର ସାମନ୍ତରାୟ (ଇଂରାଜୀ: Natabar Samantaray, /ˈnɵtɵbɵrɵ saːmɵntɵraːj/) ଜଣେ ଓଡ଼ିଆ ଲେଖକ ଓ ସାହିତ୍ୟ ସମୀକ୍ଷକ ଥିଲେ । ତାଙ୍କର କେତେକ ଜଣାଶୁଣା ସାହିତ୍ୟ-ଐତିହାସିକ ରଚନାବଳୀଗୁଡ଼ିକ ମଧ୍ୟରୁ ଓଡ଼ିଆ ସାହିତ୍ୟର ଇତିହାସ (୧୮୦୩-୧୯୨୦) , ଆଧୁନିକ ଓଡ଼ିଆ ସାହିତ୍ୟର ଭିତ୍ତିଭୂମି, ଏବଂ ବ୍ୟାସକବି ଫକୀରମୋହନ ଆଦି ପ୍ରମୁଖ । ତାଙ୍କ ସମୀକ୍ଷା ଲିଖନସବୁ ଜଣାଶୁଣା ଓଡ଼ିଆ ଲେଖକ ଫକୀରମୋହନ ସେନାପତି ଓ ରାଧାନାଥ ରାୟ ଆଦିଙ୍କ ରଚନା ଉପରେ ପର୍ଯ୍ୟବଶିତ । ତାଙ୍କ ଐତିହାସିକ ଗବେଷଣା ବ୍ରିଟିଶ ଶାସନ କାଳରେ ଉପକୂଳ ଓଡ଼ିଶା ଉପରେ ତାହାର ପ୍ରଭାବକୁ ନେଇ ୧୮୦୩ ମସିହାରୁ ୧୯୨୦ ମସିହା ଭିତରେ ପ୍ରକାଶିତ ପ୍ରମୁଖ ଓଡ଼ିଆ ରଚନାବଳୀ ଏବଂ ତାତ୍କାଳୀକ ଆଧୁନିକ ଓଡ଼ିଆ ସାହିତ୍ୟ ଉପରେ ବ୍ରିଟିଶ ଶାସନର ପ୍ରଭାବର ଏକ ସବିଶେଷ ବିଶ୍ଳେଶଣ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଗଣେଶ, ଗଣପତି, ବିନାୟକ ବା ତାମିଲରେ ପିଲ୍ଲାଇୟାର ହେଉଛନ୍ତି ସବୁଠାରୁ ଅଧିକ ପୂଜିତ ହିନ୍ଦୁ ଦେବତା । ସେ ମହାଦେବ ଶିବ ଓ ଦେବୀ ପାର୍ବତୀଙ୍କର ସାନ ପୁଅ ଓ କାର୍ତ୍ତିକେୟଙ୍କର ସାନ ଭାଇ । ତାଙ୍କର ବାହନ ମୂଷିକ । ଗଣେଶଙ୍କର ପ୍ରତିକୃତି ଭାରତ ଓ ନେପାଳରେ ସର୍ବତ୍ର ପରିଦୃଷ୍ଟ ହୁଏ। ହିନ୍ଦୁମାନେ ଜାତି, ଭାଷା, ବର୍ଣ ନିର୍ବିଶେଷରେ ଗଣେଶଙ୍କୁ ପୂଜା କରିଥାନ୍ତି। ଏପରିକି ଜୈନ, ବୁଦ୍ଧ ଓ ଅଣଭାରତୀୟମାନେ ମଧ୍ୟ ଗଣେଶଙ୍କ ଉପାସନା କରିଥାନ୍ତି। ଶାସ୍ତ୍ରରେ ୩୨ ପ୍ରକାର ଗଣେଶଙ୍କ ବିଷୟରେ ବର୍ଣ୍ଣନା କରାଯାଇଛି ।ଅନେକ ବିଶେଷତ୍ୱ ମଧ୍ୟରୁ ଗଣେଶ ତାଙ୍କର ହାତୀ ମୁଣ୍ଡ ଯୋଗୁ ସହଜରେ ଚିହ୍ନା ପଡ଼ନ୍ତି । ବିଘ୍ନ ନାଶକ ରୂପେ ସେ ସର୍ବତ୍ର ପୂଜିତ ହୁଅନ୍ତି । କଳା, ବିଜ୍ଞାନର ଓ ବୁଦ୍ଧିମତ୍ତାର ଦେବତା ଓ ସଂରକ୍ଷକ ରୂପେ ସେ ପରିଚିତ । ଆଦି ଦେବତା ହିସାବରେ ପ୍ରତ୍ୟେକ ଶୁଭ କାର୍ଯ୍ୟ, ପୂଜା, ଲେଖାପଢ଼ା ଓ ଧାର୍ମିକ କ୍ରିୟା ଆରମ୍ଭରେ ତାଙ୍କର ଆବାହନ କରାଯାଏ ।
ତପସ୍ଵିନୀ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କଦ୍ଵାରା ରଚିତ ଏକ ପ୍ରମୁଖ କାବ୍ୟ ସଙ୍କଳନ । ଏହାର ରଚନା ୧୯୧୩ ମସିହାରେ ସମାପ୍ତ ହୋଇଥିଲା ଏବଂ ୧୯୧୪ ମସିହାରେ ପ୍ରକାଶିତ ହୋଇଥିଲା । ଏଗାରଟି ସର୍ଗରେ ସମୃଦ୍ଧ ଏହି କାବ୍ୟଗ୍ରନ୍ଥଟିରେ ସୀତାଙ୍କର ଜୀବନ ଓ ଆଦର୍ଶ ବର୍ଣ୍ଣନା କରାଯାଇଛି । 'କରୁଣ ରସ'ରେ ରଚିତ ଏହି କାବ୍ୟଟି ଓଡ଼ିଆ ସାହିତ୍ୟର ଏକ ଅନବଦ୍ୟ କୃତି । ପୁସ୍ତକଟି, ଶ୍ରୀମାନ ରାମନାରାୟଣ ମିଶ୍ରଙ୍କୁ ଉତ୍ସର୍ଗୀକୃତ କରିଯାଇଛି ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ଶ୍ରୀନିବାସ ରାମାନୁଜନ FRS ( pronunciation ) (୨୨ ଡିସେମ୍ବର ୧୯୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ ’ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ଵବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ଵବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ବଲାଙ୍ଗୀର ଜିଲ୍ଲାର ପାଟଣାଗଡ ଉପଖଣ୍ଡ ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ପର୍ବତର ପାଦଦେଶରେ ଥିବା ହରିଶଙ୍କର ଉଭୟ ଶୈବପୀଠ ଓ ପ୍ରାକୃତିକ ସୌନ୍ଦର୍ଯ୍ୟ ପାଇଁ ପ୍ରସିଦ୍ଧ । ଏହାର ଦୂରତା ସଦର ମହକୁମାରୁ ପ୍ରାୟ ୮୦ କି.ମି ହେବ । ଗନ୍ଧମାର୍ଦ୍ଦନ ପର୍ବତର ଉତ୍ତରାଞ୍ଚଳରେ ବରଗଡ଼ ଜିଲ୍ଲାର ପ୍ରସିଦ୍ଧ ନୃସିଂହନାଥ ମନ୍ଦିର ଥିବାବେଳେ ଦକ୍ଷିଣରେ ରହିଛି ହରିଶଙ୍କର । ଏହି ପୀଠରେ ହରି ଓ ଶଙ୍କର ଏକାଠି ପୂଜା ପାଉଥିବାରୁ ଏହି ପୀଠର ସ୍ଵତନ୍ତ୍ରତା ରହିଛି । ହରିଶଙ୍କର ମନ୍ଦିର ଏବଂ ନୃସିଂହନାଥ ମନ୍ଦିର ମଧ୍ୟରେ ଅବସ୍ଥିତ ମାଳଭୂମିରେ ବୌଦ୍ଧ ଧର୍ମାଲମ୍ବୀଙ୍କଦ୍ୱାରା ନିର୍ମାଣ କରାଯାଇଥିବା ଧ୍ୱସ୍ତବିଧ୍ୱସ୍ତ ଏକ ପ୍ରାଚୀନ ପରିମଳଗିରି ବିଶ୍ୱବିଦ୍ୟାଳୟ ରହିଛି ।
ସୂର୍ଯ୍ୟ ଏବଂ ଏହା ଅନ୍ତର୍ଗତ ୮ଟି ଗ୍ରହ, ନକ୍ଷତ୍ର, ଗ୍ରହାଣୁପୁଞ୍ଜ ଇତ୍ୟାଦିଙ୍କୁ ନେଇ ସୌରଜଗତ ଗଠିତ । ୮ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ, ମଙ୍ଗଳ, ବୃହସ୍ପତି, ଶନି, ୟୁରେନସ୍ ଓ ନେପଚୁନ୍ ସୂର୍ଯ୍ୟକୁ ଅଣ୍ଡାକାର ପଥରେ ପରିକ୍ରମା କରନ୍ତି। ଆଗରୁ ଗ୍ରହ କୁହାଯାଉଥିବା ପ୍ଲୁଟୋକୁ ଏବେ ଗ୍ରହ ମାନ୍ୟତାରୁ ବାହାର କରି ବାମନ ଗ୍ରହ କୁହାଯାଉଛି। ସୂର୍ଯ୍ୟଙ୍କ ନିକଟତମ ୪ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ ଓ ମଙ୍ଗଳ ମୁଖ୍ୟତଃ କଠିନ ହୋଇଥିବା ସ୍ଥଳେ ଦୂରବର୍ତ୍ତୀ ୪ଟି ଗ୍ରହ ଯଥା ବୃହସ୍ପତି, ଶନି, ଦାନବ ଗାସୀୟ ପିଣ୍ଡ ଏବଂ ୟୁରେନସ୍ ଓ ନେପଚୁନ୍ ବରଫ ଗ୍ରହ ଭାବରେ ପରିଚିତ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ଓଡ଼ିଆ ଭାଗବତ ଜଗନ୍ନାଥ ଦାସଙ୍କ ରଚିତ ଓଡ଼ିଆ ଭାଷାର ଏକ ପୁରାତନ ସାହିତ୍ୟିକ ପୁରାଣ କୃତି । ଏହା ୧୪ଶ ଶତାବ୍ଦୀରେ ରଚିତ ।, ଭାଗବତ ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ଏହି ପୋଥିମାନଙ୍କୁ ଏକାଠି କରି ତାହାକୁ ଛପା ବହି ଆକାରରେ ପ୍ରକାଶ କରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଟୁଙ୍ଗି ଓ ଭାଗବତ ଗାଦି/ଭାଗବତ ଗୋସାଇଁ ଆଦି ସାମୁହିକ ଭାଗବତ ପାଠ ପାଇଁ ରହିଥିଲା । ଜଗନ୍ନାଥଙ୍କ ପାଖେ ମଧ୍ୟ ଭାଗବତ ପଢ଼ାଯାଏ । ଏହା ଆଗ କାଳରେ ଭାଗବତ ଟୁଙ୍ଗି ମାନଙ୍କରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ହେତୁ ଏହା ଓଡ଼ିଆ ଘର ମାନଙ୍କରେ ବୋଲାଯାଇଥାଏ । ଭାଗବତ ପ୍ରତି ଓଡ଼ିଆ ଘରେ ସନ୍ତାନ ଜନ୍ମ ହେବା ଏନ୍ତୁଡ଼ିଶାଳରେ, ମୁମୂର୍ଷର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ, ମହାମାରୀ, ହଇଜା ଓ ଗ୍ରାମର ଅନିଷ୍ଟ ଆଶଙ୍କା ଭୟରେ ଭାଗବତ ପାଠ କରାଯାଉଥିଲା ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ବର୍ଷା ପ୍ରିୟଦର୍ଶିନୀ (ଜନ୍ମ: ୭ ଅଗଷ୍ଟ ୧୯୮୪) ଜଣେ ଓଡ଼ିଆ କଥାଚିତ୍ର ଅଭିନେତ୍ରୀ । ସେ ଓଡ଼ିଆ ଚଳଚ୍ଚିତ୍ର ସହିତ କିଛି ବଙ୍ଗଳା ଚଳଚ୍ଚିତ୍ରରେ ମଧ୍ୟ ଅଭିନୟ କରିଛନ୍ତି । ୨୦୦୩ ମସିହାରେ ସେ ଉତ୍ତମ ମହାନ୍ତି ଏବଂ ମିଥୁନ ଚକ୍ରବର୍ତ୍ତୀ ଅଭିନୀତ ଓଡ଼ିଆ କଥାଚିତ୍ର ଏ ଯୁଗର କୃଷ୍ଣ ସୁଦାମା ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ ସେ ସାବତ ମାଆ, ବାଜି, ତୁ ମୋ ଆଖିର ତାରା, ଟୋପାଏ ସିନ୍ଦୁର ଦି ଟୋପା ଲୁହ, ତୋତେ ମୋ ରାଣ, ଥ୍ୟାଙ୍କ୍ ୟୁ ଭଗବାନ ଭଳି ସଫଳ ଓଡ଼ିଆ କଥାଚିତ୍ରରେ ଅଭିନୟ କରିଥିଲେ । ୨୦୦୮ ମସିହାରେ ସେ ବଙ୍ଗଳା ଚଳଚ୍ଚିତ୍ର ଜୋର୍ ଜରିଆରେ ବଙ୍ଗଳା କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଗୋଲ୍ମାଲ୍, ଲଭ୍ ଷ୍ଟୋରୀ, ବାଳିକା ବଧୂ, ଟକ୍କର, ହସି ଖୁସି କ୍ଲବ୍, ଟୁପୁରୁ ଟୁପୁର ବ୍ରିଷ୍ଟି ପଡ଼େ, ଅଚେନା ପ୍ରେମ୍ ଭଳି ବଙ୍ଗଳା କଥାଚିତ୍ରରେ ସେ ଅଭିନୟ କରିଛନ୍ତି ।
ଭାରତର ସ୍ଵାଧୀନତା ଦିବସ ଏକ ଭାରତୀୟ ଜାତୀୟ ଦିବସ ଅଟେ । ୧୯୪୭ ମସିହାରେ ଭାରତ ଫିରିଙ୍ଗି ଶାସନରୁ ମୁକ୍ତ ହୋଇ ସ୍ଵତନ୍ତ୍ର ଗଣରାଜ୍ୟରେ ପରିଣତ ହୋଇଥିଲା । ତେଣୁ ଏହି ଦିନକୁ ମନେପକାଇବା ପାଇଁ ପ୍ରତିବର୍ଷ ପନ୍ଦର ଅଗଷ୍ଟକୁ ଭାରତର ସ୍ୱାଧୀନତା ଦିବସ ଭାବରେ ପାଳନ କରାଯାଇଥାଏ । ଏହା ଭାରତର ଏକ ପ୍ରଧାନ ଜାତୀୟ ଦିବସ । ଦେଶ ସାରା, ଏହି ଦିନ ପତାକା ଉତ୍ତୋଳନ କରଯାଇଥାଏ ଓ ଉତ୍ସବମାନ ଅୟୋଜନ କରାଯାଇଥାଏ । ରାଜଧାନୀ ଦିଲ୍ଲୀରେ ଏହି ଦିନ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କ ନିମନ୍ତେ ଜାତୀୟ ପତାକା ଉତ୍ତୋଳନ କରି ଅଭିଭାଷଣ ଦେଇଥାନ୍ତି ଯାହା ଦେଶସାରା ଟି.ଭି.ରେ ଦେଖାଯାଇଥାଏ । ଏହି ଅଭିଭାଷଣରେ ସେ ଦେଶର ପ୍ରଗତି, ଅସୁବିଧା ଓ ତାହାର ସମାଧାନ ଓ ଆଗକୁ ହେବାକୁ ଥିବା ଉନ୍ନତି ଆଦି ବିଷୟରେ ବଖାଣିଥାନ୍ତି । ଭାରତୀୟ ସ୍ଵାଧୀନତା ସଂଗ୍ରାମ ଓ ସଂଗ୍ରାମୀମାନଙ୍କ ଉପରେ ମଧ୍ୟ ସେ ଅଭିଭାଷଣ ରଖିଥାନ୍ତି ।
ଦାଶ ବେନହୁର (ଜନ୍ମ ୩ ଅଗଷ୍ଟ ୧୯୫୩) ନୟାଗଡ଼ ଜିଲ୍ଲା ଅନ୍ତର୍ଗତ ଖଣ୍ଡପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର । ଶିଶୁ ସାହିତ୍ୟ, କ୍ଷୁଦ୍ରଗଳ୍ପ ଓ ଉପନ୍ୟାସ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ତାଙ୍କର ଅବଦାନ ରହିଛି । ପ୍ରବନ୍ଧ ଓ ଗବେଷଣାତ୍ମକ ନିବନ୍ଧ ଆଦି ଲେଖିବାକୁ ସେ ନିଜ ନାମ ଜିତେନ୍ଦ୍ର ନାରାୟଣ ଦାଶ ବ୍ୟବହାର କରୁଥିବା ସମୟରେ ଗଳ୍ପ ଓ ଶିଶୁ ସାହିତ୍ୟ ଦାଶ ବେନହୁର ନାମରେ ଲେଖିଥାନ୍ତି । ଅଧ୍ୟାପନାକୁ ପେସା ଭାବରେ ଗ୍ରହଣ କରିଥିବା ଦାଶ ପୁରୀର ସାମନ୍ତ ଚନ୍ଦ୍ରଶେଖର ମହାବିଦ୍ୟାଳୟର ଅଧ୍ୟକ୍ଷ ଭାବରେ ସେବା ନିବୃତ ହୋଇସାରିଛନ୍ତି । ସାହିତ୍ୟ ଓ ଅଧ୍ୟାପନା ବ୍ୟତିତ ସେ ଜଣେ ସଂଗଠକ ହିସାବରେ 'ପ୍ରଫୁଲ୍ଲ କର ଫାଉଣ୍ଡେସନ, ଇଟିକିଲି ମିଟିକିଲି, ଆମ ଓଡ଼ିଶା ଆଦି ଅନୁଷ୍ଠାନମାନଙ୍କ ସହିତ ଜଡ଼ିତ ଅଛନ୍ତି । ସେ ଆଦିବାସୀ ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ 'ସର୍ଗୀଫୁଲ' ନାମକ ପତ୍ରିକାର ସମ୍ପାଦନା ମଧ୍ୟ କରିଥାନ୍ତି ।
ଗାୟତ୍ରୀ ସରାଫ (୧୭ ଅଗଷ୍ଟ ୧୯୫୨) ଓଡ଼ିଆର ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ଗାଳ୍ପିକା । ୨୦୧୭ ମସିହାରେ ସେ ନିଜ ଗଳ୍ପ ସଂକଳନ "ଇଟାଭାଟିର ଶିଳ୍ପୀ" ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ଲାଭ କରିଛନ୍ତି । ଜଣେ ପ୍ରଧାନ ଶିକ୍ଷୟତ୍ରୀ ଭାବରେ, ସେ ପାଟଣାଗଡ଼ ବାଳିକା ଉଚ୍ଚବିଦ୍ୟାଳୟରୁ ଅବସର ଗ୍ରହଣ କରିସାରିଛନ୍ତି । ୨୦୧୫ ମସିହାରେ ତାଙ୍କୁ ଓଡ଼ିଶା ସାହିତ୍ୟ ଏକାଡେମୀର ଉପସଭାନେତ୍ରୀ ଭାବରେ ମନୋନୀତ କରାଯାଇଛି । "ଆଲୋକିତ ଅନ୍ଧାର" ତାଙ୍କ ପ୍ରକାଶିତ ପ୍ରଥମ ଗଳ୍ପ ସଂକଳନ । ଏହା "ଆତ୍ମ ପ୍ରକାଶନୀ, ବଲାଙ୍ଗୀର"ଦ୍ଵାରା ୧୯୮୮ ମସିହାରେ ପ୍ରକାଶିତ ହୋଇଥିଲା । "ଅସିତ ମୁଖାର୍ଜୀ" ବହିଟିର ପ୍ରଚ୍ଛଦ ଚିତ୍ର ଅଙ୍କନ କରିଥିଲେ ।
ସୋମବାର ହେଲା ସପ୍ତାହର ଏକ ଦିନ ଯାହା ରବିବାର ପରେ ଓ ମଙ୍ଗଳବାର ପୂର୍ବରୁ ଆସେ । ଏହାକୁ ସପ୍ତାହର ପ୍ରଥମ ଦିନ ଭାବେ ଗଣାଯାଏ ଓ କାର୍ଯ୍ୟାଳୟ ଗୁଡିକରେ ଏହି ଦିନ କାମ ଆରମ୍ଭ ହୁଏ । ସୁଖୀ ଦାମ୍ପତ୍ୟ ଜୀବନ ତଥା ସନ୍ତାନ ପ୍ରାପ୍ତି ପାଇଁ ଏହିଦିନ ଭଗବାନ ଶିବ ଓ ମା'ପାର୍ବତୀଙ୍କୁ ପୂଜା କରାଯାଏ । ଭଗବାନ ଶିବଙ୍କୁ ଧଳାଫୁଲ, ବେଲପତ୍ର ଚଢାଇବା ସହ ଶିବସ୍ତୋତ୍ର, ଶିବଚାଳିଶା, ରୁଦ୍ରାଷ୍ଟକ ମନ୍ତ୍ର ଜପ କରାଯାଏ । ଥଣ୍ଡାଜନିତ ବିଭିନ୍ନ ରୋଗରୁ ରକ୍ଷା ପାଇବା ପାଇଁ ସୋମବାର ଦିନ ଚନ୍ଦ୍ରଙ୍କ ବ୍ରତ ରଖାଯାଏ ।
ପଞ୍ଚଲିଙ୍ଗେଶ୍ଵର ଶିବ ମନ୍ଦିର ଓଡ଼ିଶାର ବାଲେଶ୍ଵର ଜିଲାର ନୀଳଗିରି ପାଖରେ ଥିବା ପଞ୍ଚଲିଙ୍ଗେଶ୍ଵରରେ ଅବସ୍ଥିତ । ଏହି ଲିଙ୍ଗଗୁଡ଼ିକର ଦର୍ଶନ କରିବା ପାଇଁ ଜଣକୁ ପାହାଡ଼଼ି ଚଟାଣ ଭିତରେ ବହିଯାଇଥିବା ଝରଣା ପାଣି ଦେଇ ହାତରେ ଛୁଇଁ ଜାଣିବାକୁ ପଡ଼ିବ । ଏଠାରେ ପାହାଡ଼଼ୀ ଝରଣା ଭିତରେ ପାଞ୍ଚୋଟି ଶିବଲିଙ୍ଗ ପୂଜାପାଉଛନ୍ତି ଯାହାଙ୍କ ନାମ ଅନୁସାରେ ଏହି ଜାଗାର ନାମ ପଞ୍ଚଲିଙ୍ଗେଶ୍ଵର ହୋଇଅଛି ।ବାଲେଶ୍ୱର ସମୁଦ୍ର ଉପକୂଳରେ ବଙ୍ଗୋପସାଗରର ବେଳାଭୂମିକୁ ସାମନ୍ତରାଳଭାବରେ କୁପାରୀ ଠାରୁ ନୀଳଗିରି ପର୍ଯ୍ୟନ୍ତ ପୂର୍ବଘାଟ ପର୍ବତମାଳା ଲମ୍ବିଆସିଛି । ୧୦୦୦ ଫୁଟ ଛୋଟ ଛୋଟ ପାହାଡ଼ "ଦେବଗିରି" ପର୍ବତମାଳାର ପଞ୍ଚେଲିଙ୍ଗେଶ୍ୱର ଏକ ଅଂଶ ବିଶେଷ । ଏହି ଶୈବପୀଠର ପାଦଦେଶରେ ଝରଣାଟିଏ ବହିଯାଇଛି । ଏହି ଜଳସ୍ରୋତ ମଧ୍ୟରେ ଅଦୃଶ୍ୟ ପାଞ୍ଚଗୋଟି ଲିଙ୍ଗ ହେଉଛନ୍ତି ପଞ୍ଚେଲିଙ୍ଗେଶ୍ୱର ପୀଠ । ଭକ୍ତମାନେ ଜଳସ୍ରୋତ ମଧ୍ୟରେ ପଞ୍ଚେଲିଙ୍ଗେଶ୍ୱରଙ୍କୁ ଦର୍ଶନ କରି ପୂଜାକରନ୍ତି । ପ୍ରସ୍ତର ଉପରେ ବସି ପୁଜକ ଶିବଲିଙ୍ଗ ପୂଜା କରିଥାନ୍ତି । ରାଜ୍ୟ ପର୍ଯ୍ୟଟନ ତରଫରୁ ଯାତ୍ରୀନିବାସର ଆନୁସାଙ୍ଗିକ ବ୍ୟବସ୍ଥା ମଧ୍ୟ ରହିଛି । ସରସ୍ୱତୀ ପୂଜା ସମୟରେ ପାଞ୍ଚ ଦିନ ବ୍ୟାପୀ ମେଳା ହୁଏ । ବହୁ ଲୋକ ଏଠାକୁ ଆସି ଦେବଦର୍ଶନ କରିଥାନ୍ତି ଓ ମନୋହାରୀ ଜିନିଷ କିଣିଥାନ୍ତି । ଦେବଗିରି ପର୍ବତର ଶିଖର ଦେଶରେ ମଣ୍ଡଳେଶ୍ୱରୀ ଦେବୀସ୍ଥାନ ରହିନ୍ତି । ଏହାଙ୍କୁ ବର୍ଷାଦେବୀ ମଧ୍ୟ କହାଯାଏ । ବର୍ଷା ନହେଲେ ଦେବୀଙ୍କୁ ପୂଜାକଲେ ବର୍ଷା ହୋଇଥାଏ ବୋଲି ଲୋକବିଶ୍ୱାସ ରହିଛି । ଦେବଗିରି ପର୍ବତମାଳା ପରିବେଷ୍ଟିତ ପର୍ବତର ଶୀର୍ଷଦେଶରୁ ମଙ୍ଗଳପୁର ପ୍ରାଚୀନ ପଥ ଓ ଦୁର୍ଗପର୍ଯ୍ୟନ୍ତ ଏକ ସୁଡ଼ଙ୍ଗ ରହିଛି । ଜନଶୃତି ଅଛି ଯେ ପଞ୍ଚଲିଙ୍ଗେଶ୍ୱର ପାହାଡ଼ର ପାଦଦେଶରୁ ଏହି ସୁଡଙ୍ଗ ରହିଛି ।
ଭାରତୀୟ ମହାକାଶ ଗବେଷଣା ସଂସ୍ଥା ବା ଇସରୋ ହେଉଛି ଭାରତ ସରକାରଙ୍କ ପ୍ରମୁଖ ମହାକାଶ ପ୍ରାଧିକରଣ । ଇସରୋ ପୃଥିବୀର ଛଅଟି ବଡ ସରକାରୀ ମହାକାଶ ପ୍ରାଧିକରଣ ମଧ୍ୟରୁ ଅନ୍ୟତମ ଯଥା: ଆମେରିକାର ନାସା (NASA), ଋଷିଆର RKA, ଇଉରୋପର ESA, ଚୀନର CNSA ଓ ଜାପାନର JAXA । ଏହି ସଂଗଠନର ମୂଳ ଉଦ୍ଦେଶ୍ୟ ହେଲା ଅତ୍ୟାଧୁନିକ ମହାକାଶୀୟ ପ୍ରଯୁକ୍ତି ବିଦ୍ୟାର ଉନ୍ନତିକରଣ ଓ ଦେଶର ସ୍ଵାର୍ଥରେ ଏହାର ପ୍ରୟୋଗ ।ଏହା ୧୯୬୯ରେ ପ୍ରତିଷ୍ଠା ହୋଇଥିଲା । ଭାରତୀୟ ରାଷ୍ଟ୍ରୀୟ ଅନ୍ତରୀକ୍ଷ ଅନୁସନ୍ଧାନ ସମିତି (INCOSPAR) ବଦଳରେ ସ୍ଥାପିତ ହୋଇଥିଲା । ଇସରୋର ମୁଖ୍ୟ କାର୍ଯାଳୟ ବାଙ୍ଗାଲୋରଠାରେ ସ୍ଥିତ । ଏହା ଭରତ ସରକାରଙ୍କ ମହାକାଶ ବିଭାଗ ଅନ୍ତର୍ଗତ ଅଟେ, ଯାହାକି ବର୍ତମାନ ପ୍ରଧାନମନ୍ତ୍ରୀଙ୍କ ଅଧୀନରେ କାର୍ଯ୍ୟ କରୁଅଛି ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ମାଗରିଟ୍ ଏଲିଜାବେଥ୍ ନୋବେଲ୍ଙ୍କ ଜନ୍ମ ୨୮ ଅକ୍ଟୋବର, ୧୮୬୭ରେ ଆୟର୍ଲ୍ୟାଣ୍ଡର ଦୁଙ୍ଗାନାଁନ ଗ୍ରାମରେ ହୋଇଥିଲା। ତାଙ୍କ ମାତାଙ୍କ ନାମ ମୈରୀ ଇସାବେଲ୍ ଓ ପିତାଙ୍କ ନାମ ସୈମୁଅଲ୍ ରିଚ୍ମଣ୍ଡ୍ ନୋବେଲ୍ ଥିଲା।ନୋବେଲ୍ଙ୍କ ବଂଶଜ ସ୍କଟିଜ୍ ଥିଲେ କିନ୍ତୁ କିନ୍ତୁ ସେ ନିଜ ପିଲାଦିନ ଆୟର୍ଲ୍ୟାଣ୍ଡରେ ଅତିବାହିତ କରିଥିଲେ।ତାଙ୍କ ପିତା ଜଣେ ପୂଜାରୀ ଥିଲେ,ଯିଏକି ଭଗିନୀ ନିବେଦିତାଙ୍କୁ ବହୁତ ମହତ୍ତ୍ୱପୂର୍ଣ୍ଣ କଥା ଶିଖାଇଥିଲେ,"ମଣିଷର ପୂଜା କରିବା ଭଗବାନଙ୍କ ପୂଜା କରିବା ସହ ସମାନ"।ଯେତେବେଳେ ଭଗିନୀ ନିବେଦିତା ଏକ ବର୍ଷର ହୋଇଥିଲେ ସେତେବେଳେ ସୈମୁଅଲ୍ ଇଂଲଣ୍ଡର ମଞ୍ଚେଷ୍ଟର୍ ଚାଲିଗଲେ।ସେତେବେଳେ କିଶୋରୀ ନିବେଦିତା ନିଜ ଆଇଙ୍କ ସହ ହୈମିଲ୍ଟନ୍, ଆୟାର୍ଲ୍ୟାଣ୍ଡ୍ରେ ରହୁଥିଲେ।ସେ ଯେତେବେଳେ ୪ ବର୍ଷର ହେଲେ ସେତେବେଳେ ସେ ନିଜ ପିତାଙ୍କ ସହ ରହିଲେ।
ବାଲୁଙ୍କେଶ୍ୱର ମନ୍ଦିର ଓଡ଼ିଶାର ଯାଜପୁର ଜିଲ୍ଲାର ଥିବା କଷବା-ଷାଠିବାଟିରେ ଅବସ୍ଥିତ ଏକ ପୁରାତନ ଶିବ ମନ୍ଦିର । ଏଠାରେ ବାଲୁଙ୍କେଶ୍ୱର ପୂଜା ପାଇଥାନ୍ତି । ଆଗରୁ କଷବା ଓ ଷାଠିବାଟିରେ ବହୁଥିବା ଜୁଣେଇ ନଦୀର ଶୁଖିଲା ଶଯ୍ୟାରେ ଏହି ମନ୍ଦିରଟି ସ୍ଥାପନ ହୋଇଥିଲା । ଏହା ଏକାଦଶ ଶତାବ୍ଦୀରେ ସ୍ଥାପିତ ହୋଇଥିଲା । ଯାଜପୁରର କଇଆଁଗୋଲା ରାସ୍ତାର ମଙ୍ଗଳପୁରଠାରୁ ବଡକୁଆଁଲ ରାସ୍ତାରେ ୧.୫ କି.ମି.ଗଲେ ଥାଲକୁଡ଼ି ପଞ୍ଚାୟତର କଷବା ଏବଂ ପାଲଟପୁର ପଞ୍ଚାୟତର ଷାଠିବାଟିରେ ବାଲୁଙ୍କେଶ୍ୱର ମନ୍ଦିର ରହିଛି ।
ପୃଥିବୀର ସବୁ ସ୍ଥାନରେ ସବୁ ସମୟରେ ବାୟୁଚାପ ସମାନ ନଥାଏ । କେତେକ ସ୍ଥାନରେ ବାୟୁଚାପ ଅଧିକ ହୋଇଥାଏ ତ ଆଉ କେତେକ ସ୍ଥାନରେ ବାୟୁଚାପ କମ୍ ଥାଏ । ଦୁଇଗୋଟି ପାଖାପାଖି ରହିଥିବା ସ୍ଥାନରେ ବାୟୁଚାପ ଅଲଗା ହୋଇଥିଲେ ବାୟୁ ବହିବା ଆରମ୍ଭ ହୁଏ । ବାୟୁ ସବୁବେଳେ ଅଧିକ ଚାପ ଅଳରୁ କମ୍ ଚାପ ଅଳକୁ ବହେ । ବାୟୁ ବହିବା ଆରମ୍ଭ ହେଲେ ତାହାକୁ ବାୟୁ ପ୍ରବାହ ବା ପବନ କୁହାଯାଏ । ଦୁଇଗୋଟି ସ୍ଥାନ ମଧ୍ୟରେ ବାୟୁ ଚାପର ତଫାତ୍ ଅଧିକ ହୋଇଥିଲେ ଜୋର୍ରେ ପବନ ବହେ । ତେଣୁ ପାଣିପାଗ କେନ୍ଦ୍ରଗୁଡ଼ିକରେ ପବନର ବେଗ ମାପ କରି ଜଣାଇବା ପାଇଁ ଏକ ପ୍ରକାର ଯନ୍ତ୍ର ବ୍ୟବହାର କରାଯାଏ । ଏହାକୁ ପବନ ବେଗମାପକ ଯନ୍ତ୍ର ବା ଆନିମୋମିଟର କୁହାଯାଏ । ପ୍ରତି ଘଣ୍ଟାରେ ବା ମିନିଟ୍ରେ ପବନ କେତେ କିଲୋମିଟର ବେଗରେ ବହୁଥାଏ ତାହା ଏହି ଯନ୍ତ୍ର ଜଣାଇଥାଏ ।
ଲାମୋଟ୍ରିଜିନ (ଇଂରାଜୀ ଭାଷାରେ Lamotrigine, ଗୋଟିଏ ବ୍ୟବସାୟୀକ ନାମ Lamictal) ଏକ ବାତ ନିରୋଧୀ ଔଷଧ (anticonvulsant medication) ଯାହା ଏପିଲେପ୍ସି ବା ଅପସ୍ମାର ବାତ ଓ ବାଇପୋଲାର ଡିଜଅଡର ରୋଗମାନଙ୍କର ଚିକିତ୍ସାରେ ଦିଆଯାଏ । ଅପସ୍ମାର ବାତରେ ହେଉଥିବା ସ୍ଥାନୀୟ ବାତ, ଟନିକ-କ୍ଲୋନିକ ବାତ (tonic-clonic seizure) ଓ ଲେନକ୍ସ-ଗାସଟଟ ସିଣ୍ଡ୍ରୋମ (Lennox-Gastaut syndrome) ବାତ ନିମନ୍ତେ ଦିଆଯାଏ । ବାଇପୋଲାର ଡିଜଅଡରରେ ଅବସାଦ, ବାଇପୋଲାର ଟାଇପ ୨ (bipolar type II) ରୋଗର ରାପିଡ ସାଇକ୍ଲିଙ୍ଗ (rapid cycling) ଓ ବାଇପୋଲାର ଟାଇପ ୧ (bipolar type I) ରୋଗର ପୁନରାବୃତ୍ତି ନ ହେବା ନିମନ୍ତେ ଦିଆଯାଏ ।ନିଦ୍ରାଳୁ, ମୁଣ୍ଡବିନ୍ଧା, ବାନ୍ତି, ନିୟନ୍ତ୍ରଣ ସମସ୍ୟା ଓ ରାସ ଆଦି ପ୍ରତିକ୍ରିୟା ସାଧାରଣତଃ ଏହି ଔଷଧ ବ୍ୟବହାର କଲେ ଦେଖାଯାଇପାରେ । ସାଂଘାତିକ ପାର୍ଶ୍ୱ ପ୍ରତିକ୍ରିୟାରେ ହେମୋଲାଇଟିକ ଆନିମିଆ (lack of red blood cells), ଅଧିକ ଆତ୍ମହତ୍ୟା ସଙ୍କଟ, ସ୍ଟୋଭେନ୍ସ-ଜନସନ ସିଣ୍ଡ୍ରୋମ (Stevens-Johnson syndrome) ଓ ଆଲର୍ଜି ପ୍ରତିକ୍ରିୟା (allergic reactions) ହୋଇପାରେ । ଗର୍ଭାବସ୍ଥା ଓ ସ୍ତନ୍ୟପାନ ସମୟରେ ଏହାର ବ୍ୟବହାର ବିପଦ ଜନକ ହୋଇପାରେ । ଲାମୋଟ୍ରିଜିନ ଏକ ଫିନାଇଲଟ୍ରିଆଜିନ (phenyltriazine) ଥାଏ ଯାହା ଅନ୍ୟାନ୍ୟ ବାତ ନିରୋଧୀ ଔଷଧମାନଙ୍କଠାରୁ ପୃଥକ । ଏହାର କାର୍ଯ୍ୟକାରୀତା ଅସ୍ପଷ୍ଟ ଅଛି । ଜଣାଯାଏ, ଏହା କେନ୍ଦ୍ରୀୟ ସ୍ନାୟୁ ମଣ୍ଡଳର (central nervous system) ଗାମା-ଆମିନୋବ୍ୟୁଟିରିକ ଏସିଡ (gamma-aminobutyric acid) ବା ଗାବାର ନିଉରୋଟ୍ରାନ୍ସମିଟର (neurotransmitter) ପ୍ରକ୍ରିୟାକୁ ବୃଦ୍ଧି କରେ ଓ ଭୋଲଟେଜ-ସେନ୍ସିଟିଭ ସୋଡ଼ିଅମ ଚାନେଲକୁ (en:voltage-sensitive sodium channels) କମାଏ ।ସଂଯୁକ୍ତ ରାଷ୍ଟ୍ରରେ ସନ ୧୯୯୧ରେ ଓ ଯୁକ୍ତରାଷ୍ଟ୍ର ଆମେରିକାରେ ସନ ୧୯୯୪ରେ ବ୍ୟବସାୟୀକ ଭିତ୍ତିରେ ଲାମୋଟ୍ରିଜିନ ବ୍ୟବହାରକୁ ସ୍ୱୀକୃତି ଦିଆଗଲା । ଡକ୍ଲ୍ୟଏଚଓର ଅତ୍ୟାବଶ୍ୟକୀୟ ଔଷଧ (World Health Organization's List of Essential Medicines)ର ସ୍ୱାସ୍ଥ୍ୟ ପ୍ରଣାଳୀ (health system) ନିମନ୍ତେ ଥିବା ପ୍ରଭାବଶାଳୀ ଓ ବିପଦମୁକ୍ତ ଓଷଧ ତାଲିକାରେ ଲାମୋଟ୍ରିଜିନର ନାମ ଅଛି । ସନ ୨୦୧୫ରେ ବିକାଶଶୀଳ ରାଷ୍ଟ୍ରମାନଙ୍କରେ ଏହାର ହୋଲସେଲ ମୂଲ୍ୟ ୩.୫୭ ଆମେରିକୀୟ ଡଲାର ଥିଲା । ଯୁକ୍ତରାଷ୍ଟ୍ର ଆମେରିକାରେ ଏହାର ହୋଲସେଲ ମୂଲ୍ୟ ୪.୬୪ ଆମେରିକୀୟ ଡଲାର ଥିଲା ।
ସଂଯୁକ୍ତା ପାଣିଗ୍ରାହୀ (୨୪ ଅଗଷ୍ଟ ୧୯୪୪– ୨୪ ଜୁନ ୧୯୯୭) ଜଣେ ଭାରତୀୟ ନୃତ୍ୟଶିଳ୍ପୀ, ଯିଏ ଭାରତୀୟ ଶାସ୍ତ୍ରୀୟ ନାଟ ଓଡ଼ିଶୀର ଜଣେ ପ୍ରଧାନ ପ୍ରଚାରିକା ଥିଲେ । ସଂଯୁକ୍ତା ପ୍ରଥମ ଓଡ଼ିଆ ନାରୀଭାବେ ପୁରାତନ ଶାସ୍ତ୍ରୀୟ ନାଟକୁ ଶିଶୁକାଳରୁ ଆଦରି ନେଇଥିଲେ ତଥା ଏହାର ପୁନରୁଦ୍ଧାର ଓ ଏହାକୁ ଦେଶବିଦେଶରେ ଆଦୃତ କରାଇବାରେ ମହତ୍ତ୍ଵପୂର୍ଣ୍ଣ ଭୂମିକା ବହନ କରିଥିଲେ । ଓଡିଶୀ ନୃତ୍ୟକୁ ଭାରତ ସମେତ ସମଗ୍ର ବିଶ୍ବରେ ଆଦୃତ କରାଇବା ପାଇଁ ସେ ଭିନ୍ନ ଭିନ୍ନ ସ୍ଥାନ ଯେପରି ଆମେରିକା, ଫିଲିପାଇନ୍ସ, ୟୁନାଇଟେଡ୍ କିଙ୍ଗଡମ୍, ଇସ୍ରାଏଲ୍, ଗ୍ରୀସ୍, ପ୍ୟାରିସ୍ ତଥା ଅନ୍ୟାନ୍ୟ ଦେଶ ଗୁଡିକ ଭ୍ରମଣ କରି ସେଠାରେ ଓଡିଶୀ ନୃତ୍ୟର ପ୍ରଚାର କରିଥିଲେ | ତାଙ୍କ ନୃତ୍ୟ ପ୍ରତିଭା ଓ ନୃତ୍ୟକଳା ପ୍ରତି ଅବଦାନ ସ୍ଵରୁପ ତାଙ୍କୁ ୧୯୭୫ ମସିହାରେ ଭାରତର ଅନ୍ୟତମ ବେସାମରିକ ସମ୍ମାନ ପଦ୍ମଶ୍ରୀରେ ସମ୍ମାନିତ କରାଯାଇଥିଲା । ୧୯୭୬ରେ ମଧ୍ୟ ସେ ସଙ୍ଗୀତ ନାଟକ ଏକାଡେମୀ ସମ୍ମାନରେ ସମ୍ମାନିତ ହୋଇଥିଲେ ।
ପାରମିତା ଶତପଥୀ (ଜନ୍ମ ୩୦ ଅଗଷ୍ଟ ୧୯୬୫) ଜଣେ ଓଡ଼ିଆ କ୍ଷୁଦ୍ରଗଳ୍ପ ଲେଖିକା ଓ ଔପନ୍ୟାସିକା । ମାତା ପ୍ରତିଭା ଶତପଥୀ ଜଣେ ଆଧୁନିକ ଓଡ଼ିଆ କବି ଓ ପିତା ନିତ୍ୟାନନ୍ଦ ଶତପଥୀ ଜଣେ ସାହିତ୍ୟ ସମାଲୋଚକ । ୧୯୮୯ ମସିହାରେ ଭାରତୀୟ ରାଜସ୍ଵ ସେବାରେ ଯୋଗ ଦେଇଥିବା ପାରମିତା ଆୟକର ବିଭାଗରେ କମିଶନର ଭାବେ କାର୍ଯ୍ୟରତ ଅଛନ୍ତି ।ପାରମିତା ଶତପଥୀଙ୍କ ପ୍ରଥମ କ୍ଷୁଦ୍ରଗଳ୍ପ ୧୯୮୫ରେ ପ୍ରମୁଖ ଓଡ଼ିଆ ପତ୍ରିକା ଝଙ୍କାରରେ ପ୍ରକାଶ ପାଇଥିଲା । ପରେ ପରେ ତାଙ୍କର ଅନେକ ଲେଖା ପ୍ରକାଶ ପାଇଲା । ତାଙ୍କର ଅନେକ ଗଳ୍ପ ଅନ୍ୟାନ୍ୟ ଭାରତୀୟ ଭାଷା ଯଥା ତେଲୁଗୁ, ହିନ୍ଦୀ, ଇଂରାଜୀ, ବଙ୍ଗାଳୀ ଆଦି ଭାଷାରେ ଅନୁବାଦିତ ହୋଇ ଉଚ୍ଚ ପ୍ରଶଂସିତ ହୋଇଛି । 'ପ୍ରାପ୍ତି'ର ଭିସିଡି ଅଗଷ୍ଟ ୨୦୧୫ରେ ମୁକ୍ତିଲାଭ କରିଥିଲା ।କବି ପ୍ରତିଭା ଶତପଥୀ ଏବଂ ପ୍ରାବନ୍ଧିକ ନିତ୍ୟାନନ୍ଦ ଶତପଥୀଙ୍କ ଝିଅ ପାରମିତାଙ୍କ ଜନ୍ମ ହୋଇଥିଲା ୩୦ ଅଗଷ୍ଟ ୧୯୬୫ରେ । ବାପା ମାଙ୍କ ପ୍ରଭାବରେ ପିଲାଟିଦିନରୁ ସେ ସାହିତ୍ୟ ପ୍ରତି ଅାକର୍ଷିତ ହୋଇଥିଲେ ଓ ପ୍ରଚୁର ପଢ଼ାପଢ଼ି କରୁଥିଲେ । ୧୯୮୯ରେ ଭାରତୀୟ ରାଜସ୍ଵ ସେବାରେ କୃତକାର୍ଯ୍ୟ ହୋଇଥିବା ପାରମିତା ଶତପଥୀ ଅଧୁନା ଅାୟକର ବିଭାଗର କମିସନର ପଦବିରେ କାର୍ଯ୍ୟରତ । ତାଙ୍କର ପ୍ରଥମ ଗଳ୍ପ 'ତାଙ୍କ ସହ ସବୁ ଦିନ' ୧୯୮୫ ମସିହାରେ 'ଝଙ୍କାର' ପତ୍ରିକାରେ ପ୍ରକାଶିତ ହୋଇଥିଲା ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.