ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଗଣେଶ, ଗଣପତି, ବିନାୟକ ବା ତାମିଲରେ ପିଲ୍ଲାଇୟାର ହେଉଛନ୍ତି ସବୁଠାରୁ ଅଧିକ ପୂଜିତ ହିନ୍ଦୁ ଦେବତା । ସେ ମହାଦେବ ଶିବ ଓ ଦେବୀ ପାର୍ବତୀଙ୍କର ସାନ ପୁଅ ଓ କାର୍ତ୍ତିକେୟଙ୍କର ସାନ ଭାଇ । ତାଙ୍କର ବାହନ ମୂଷିକ । ଗଣେଶଙ୍କର ପ୍ରତିକୃତି ଭାରତ ଓ ନେପାଳରେ ସର୍ବତ୍ର ପରିଦୃଷ୍ଟ ହୁଏ। ହିନ୍ଦୁମାନେ ଜାତି, ଭାଷା, ବର୍ଣ ନିର୍ବିଶେଷରେ ଗଣେଶଙ୍କୁ ପୂଜା କରିଥାନ୍ତି। ଏପରିକି ଜୈନ, ବୁଦ୍ଧ ଓ ଅଣଭାରତୀୟମାନେ ମଧ୍ୟ ଗଣେଶଙ୍କ ଉପାସନା କରିଥାନ୍ତି। ଶାସ୍ତ୍ରରେ ୩୨ ପ୍ରକାର ଗଣେଶଙ୍କ ବିଷୟରେ ବର୍ଣ୍ଣନା କରାଯାଇଛି ।ଅନେକ ବିଶେଷତ୍ୱ ମଧ୍ୟରୁ ଗଣେଶ ତାଙ୍କର ହାତୀ ମୁଣ୍ଡ ଯୋଗୁ ସହଜରେ ଚିହ୍ନା ପଡ଼ନ୍ତି । ବିଘ୍ନ ନାଶକ ରୂପେ ସେ ସର୍ବତ୍ର ପୂଜିତ ହୁଅନ୍ତି । କଳା, ବିଜ୍ଞାନର ଓ ବୁଦ୍ଧିମତ୍ତାର ଦେବତା ଓ ସଂରକ୍ଷକ ରୂପେ ସେ ପରିଚିତ । ଆଦି ଦେବତା ହିସାବରେ ପ୍ରତ୍ୟେକ ଶୁଭ କାର୍ଯ୍ୟ, ପୂଜା, ଲେଖାପଢ଼ା ଓ ଧାର୍ମିକ କ୍ରିୟା ଆରମ୍ଭରେ ତାଙ୍କର ଆବାହନ କରାଯାଏ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ଵରୂପରାଣୀ ଥିଲା । ସେ ସ୍ଵାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ଓଡ଼ିଶାରେ ବିଭିନ୍ନ ସମୟରେ ଓଡ଼ିଆ ଭାଷା ପାଇଁ ହୋଇଥିବା ଆନ୍ଦୋଳନ ସାମୁହିକ ଭାବେ ଓଡ଼ିଆ ଭାଷା ଆନ୍ଦୋଳନ ଭାବେ ଜଣା । ଅାଧୁନିକ ଇତିହାସରେ ଏହା ପ୍ରଥମେ ୧୮୬୬ ବ୍ରିଟିଶ ଶାସନ କାଳରେ ଆରମ୍ଭ ହୋଇ ୧୯୦୩ ମସିହାରେ ବିଶାଳ ଆନ୍ଦୋଳନର ରୂପ ନେଇଥିଲା ଯାହାର ପରିଣତି ସ୍ୱରୂପ ୧୯୩୬ ମସିହାରେ ଭାଷା ଭିତ୍ତିରେ ଭାରତର ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ଗଠିତ ହୋଇଥିଲା ।୧୯୫୪ ଓଡ଼ିଶା ରାଜଭାଷା ଆଇନ ଅନୁସାରେ ଓଡ଼ିଶାରେ ଓଡ଼ିଆ ରାଜଭାଷା ଭାବେ ବ୍ୟବହାର ହେବାର ନିୟମ ଗୃହୀତ ହୋଇଥିଲା। ୧୯୫୪ ମସିହାରେ ଓଡ଼ିଶା ବିଧାନ ସଭାରେ ପ୍ରଣୀତ ହେବା ପରେ ୧୯୬୬, ୧୯୬୮, ୧୯୮୫, ୧୯୯୫ ଓ ୨୦୧୨ ମସିହାର ଏହି ଆଇନକୁ କାର୍ଯ୍ୟକାରୀ କରିବା ନିମନ୍ତେ କିଛି ଆଦେଶନାମା ଜାରି ହୋଇଥିଲା। ୧୯୮୫ ଓ ୧୯୯୫ ମସିହାର ତତ୍କାଳୀନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକ ଏହା କାର୍ଯ୍ୟକାରୀ କରିବାକୁ ଉଦ୍ୟମ କରିଥିଲେ। । ପରେ ଓଡ଼ିଆ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଓ ଛତିଶଗଡ଼ରେ ଦ୍ୱିତୀୟ ରାଜଭାଷାର ସ୍ଵୀକୃତି ପାଇବା ପରେ ଓଡ଼ିଆ ଭାଷା ଓଡ଼ିଶାର ବିଚ୍ଛିନ୍ନାଞ୍ଚଳରେ ଶିକ୍ଷା, ଅାଇନ ଓ ଶାସନର ଭାଷା ହେବାର ସୁଯୋଗ ମିଳିଲା ।
ଝାନସୀର ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ଵାଧୀନତା ସଂଗ୍ରାମର ଜଣେ ନାୟିକା । ସ୍ଵଦେଶ ଓ ସ୍ଵଜାତିକୁ ପରାଧୀନତାର ଶକ୍ତ ବନ୍ଧନରୁ ମୁକ୍ତ କରିବା ପାଇଁ ଯେଉଁ ନାରୀମାନେ ଆଗକୁ ମାଡି ଆସିଥିଲେ ସେମାନଙ୍କ ମଧ୍ୟରେ ଲକ୍ଷ୍ମୀବାଈ ଅଗ୍ରଗଣ୍ୟା। ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗ ଚାଳନା, ଅଶ୍ଵାରୋହଣ, ବିଭିନ୍ନ୍ ପ୍ରକାର ଶାରୀରିକ ବ୍ୟାୟମ,ଦୁର୍ଦ୍ଦାନ୍ତ ହସ୍ତୀ ମାନଙ୍କୁ ଆୟତ କରିବା ଆଦି ପୁରୁଷ ସୁଲଭ କଳାରେ ସେ ପାରଙ୍ଗମ ଥିଲେ।
ସ୍ଵାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ଵ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ଵଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ଵଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ଵନାଥ ଦତ୍ତ ଓ ଭୁବନେଶ୍ଵରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ଵାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ଵର ବିଭିନ୍ନ ସ୍ଥାନରୁ ସ୍ଵେଚ୍ଛାସେବକ ମାନଙ୍କ ଅବଦାନଦ୍ଵାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ଵର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ବରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ଵାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ବାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ଵର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ପଶ୍ଚିମ ଓଡ଼ିଶା ( ଇଂରାଜୀ : Western Odisha ) ଓଡ଼ିଶାର କଳାହାଣ୍ଡି ଜିଲ୍ଲାରୁ ଆରମ୍ଭ କରି ସୁନ୍ଦରଗଡ଼ ଜିଲ୍ଲା ପର୍ଯ୍ୟନ୍ତ ପରିବ୍ୟାପ୍ତ ଭୂଖଣ୍ଡକୁ ପଶ୍ଚିମ ଓଡ଼ିଶା କୁହା ଯାଏ । ଏହି ଅଞ୍ଚଳ ଭିତରେ ସମ୍ବଲପୁର ଜିଲ୍ଲା, ବଲାଙ୍ଗୀର , ବରଗଡ଼, ଦେବଗଡ଼ , ଝାରସୁଗୁଡା , କଳାହାଣ୍ଡି , ବୌଦ, ସୁନ୍ଦରଗଡ଼ ନୂଆପଡ଼ା ,ସୁବର୍ଣ୍ଣପୁର ଜିଲ୍ଲା ( ସୋନପୁର) ଜିଲ୍ଲା ସମୂହ ସହ ଅନୁଗୁଳ ଜିଲ୍ଲାର ଆଠମଲ୍ଲିକ ସବ ଡିଭିଜନ ଅନ୍ତର୍ଭୁକ୍ତ । ଏହାକୁ କୋଶଳ ଅଞ୍ଚଳ ବୋଲି କହାଯାଏ । ପଞ୍ଚମ ଶତାବ୍ଦୀ ପୂର୍ବରୁ ଏହି ଅଞ୍ଚଳ ଦକ୍ଷିଣ କୋଶଳ ନାମରେ ପରିଚିତ ଥିଲା ଏବଂ ଏହା ଏକ ବିଶାଳ ଭୌଗୋଳିକ ଅଞ୍ଚଳ ଥିଲା । ଏହା କୃଷିପ୍ରଧାନ ଅଞ୍ଚଳ ଭାବରେ ଏକ ସାଂସ୍କୃତିକ ସମନ୍ନ୍ୟୟ ପୂର୍ଣ ଅଞ୍ଚଳ ଥିଲା । ଏବେ କଳାହାଣ୍ଡି , କୋରାପୁଟ ଓ ବଲାଙ୍ଗିର ମରୁଡ଼ି ପ୍ରବଣ ଜିଲ୍ଲା ଭାବେ KBK ନାମରେ ଚିହ୍ନିତ ହେଇ ଅନେକ ବର୍ଷ ହେଲା କେନ୍ଦ୍ର ତଥା ରାଜ୍ୟ ସରକାରଙ୍କଦ୍ଵାରା ସ୍ଵତନ୍ତ୍ର ସାହାଯ୍ୟ ପ୍ରାପ୍ତ ହେଇଥିଲେ ମଧ୍ୟ ଖୁବ ଦରିଦ୍ର ଓ ଅନା ଟନ ଭିତରେ ଏହାର ଅଧିକାଂଶ ଅଧିବାସୀ ରହିଛନ୍ତି । ପୁଣି ପୁରା ପଶ୍ଚିମ ଓଡ଼ିଶାର ବିକାଶ ପାଇଁ ରାଜ୍ୟ ସରକାର ସ୍ଵତନ୍ତ୍ର 'ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ' ( WODC ) ଗଠନ କରିଛନ୍ତି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଆକଣ୍ଡ୍ରୋପ୍ଲାସିଆ (ଇଂରାଜୀ ଭାଷାରେ Achondroplasia) ଏକ ଜେନେଟିକ ରୋଗ (genetic disorder) ଯାହାଦ୍ୱାରା ରୋଗୀ ବାମନ (dwarfism) ହୋଇଯାଏ । ଏହି ରୋଗରେ ବାହୁ ଓ ଗୋଡ଼ ଛୋଟ ହୋଇଯାଏ କିନ୍ତୁ ମୁଣ୍ଡ ଓ ଅବୟବ ବ୍ୟତୀତ ଅନ୍ୟ ଅଂଶର (torso) ଦୈର୍ଘ୍ୟ ସଠିକ ଥାଏ । ଆକଣ୍ଡ୍ରୋପ୍ଲାସିଆ ପୁରୁଷ ରୋଗୀଙ୍କର ଉଚ୍ଚତା ପ୍ରାୟ ୧୩୧ ସେମି ଓ ମହିଳାଙ୍କର ୧୨୩ ସେମି ହୁଏ । ଏମାନଙ୍କର ମୁଣ୍ଡ ବଡ଼ ଓ ଉନ୍ନତ କପାଳ ଥାଏ । ଅନ୍ୟ ମାନଙ୍କ ଭଳି ସାଧାରଣ ବୁଦ୍ଧି (Intelligence) ଥାଏ ।ଫାଇବ୍ରୋବ୍ଲାସ୍ଟ ଗ୍ରୋଥ ଫ୍ୟାକ୍ଟର ରିସେପ୍ଟର ୩ ବା ଏଫଜିଏଫଆର୩ (FGFR3) ଜିନର ମ୍ୟୁଟେସନ ଯୋଗୁ ଏହି ରୋଗ ହୁଏ । ଶତକଡ଼ା ୮୦ ଭାଗ ରୋଗୀଙ୍କର ପ୍ରାକ୍ ବିକାଶ ସମୟରେ ନୂତନ ମ୍ୟୁଟେସନ ଫଳରେ ଏ ରୋଗ ହୁଏ । ବାକି ଅନ୍ୟ କେଶ୍ରେ ପିତାମାତାଙ୍କ ମଧ୍ୟରୁ ଜଣକଠାରୁ ବଂଶାନୁକ୍ରମ (inherited from one's parents) ଭାବରେ ଅଟୋସୋମାଲ ଡୋମିନାଣ୍ଟ (autosomal dominant) ଜିନ ଯୋଗୁ ବିସ୍ତାର ହୁଏ । ଦୁଇଟି ପ୍ରଭାବିତ ଜିନ ଥିଲେ ରୋଗୀ ବଞ୍ଚିପାରେନାହିଁ । ଲକ୍ଷଣ ଦେଖି ରୋଗ ନିର୍ଣ୍ଣୟ ସହଜରେ କରିହୁଏ କିନ୍ତୁ ସନ୍ଦେହ ହେଲେ ଜେନେଟିକ ଟେଷ୍ଟିଙ୍ଗ (genetic testing) କରାଯାଏ ।ରୋଗୀ ଚିକିତ୍ସାରେ ସାହାଯ୍ୟକାରୀ ଦଳ (Support groups) ଓ ଗ୍ରୋଥ ହରମୋନ ଥେରାପି (growth hormone therapy) ଆବଶ୍ୟକ ହୁଏ । ରପଗ ଜଟିଳ ହୋଇ କାନ ସଂକ୍ରମଣ (Ear infections), ଲର୍ଡ଼ୋସିସ (lordosis), କଟି ଯନ୍ତ୍ରଣା, ସ୍ପାଇନାଲ ସ୍ଟେନୋସିସ (en:spinal stenosis), ମୋଟାପଣ, ହାଇଡ୍ରୋସେଫଲସ (hydrocephalus) ଓ ଅବସ୍ଟ୍ରକ୍ଟିଭ ସ୍ଲିପ ଆପନିଆ ହେବା ପୂର୍ବରୁ ପ୍ରତିଷେଧ ବ୍ୟବସ୍ଥା କରିବା ଆବଶ୍ୟକ । ସାଧାରଣ ବ୍ୟକ୍ତିଙ୍କ ଆୟୁଷଠାରୁ ଏମାନଙ୍କ ଆୟୁଷ ୧୦ ବର୍ଷ କମ୍ ରହେ । ୨୭,୫୦୦ ଲୋକରେ ଜଣକୁ ଏହି ରୋଗ ହୁଏ । ଡେନମାର୍କ ଓ ଲାଟିନ ଆମେରିକାରେ (Latin America) ଏହି ହାର ଅଧିକ ଅଛି । ସବୁଠୁ ଛୋଟ ବୟପ୍ରାପ୍ତ ମଣିଷ ଜ୍ୟୋତି ଆମଗେ (Jyoti Amge)ର ଉଚ୍ଚତା ୬୨.୮ ସେ:ମି: ଥିବା ରେକର୍ଡ଼ ହୋଇଛି ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଓଡ଼ିଶାର ସଂସ୍କୃତି ଏବଂ ପରମ୍ପରାର ଏକ ମୁଖ୍ୟ ଅଙ୍ଗ ହେଉଛି ବୟନ ଶିଳ୍ପ । ଏହାର ବାନ୍ଧ କଳା ବିଶ୍ଵ ପ୍ରସିଦ୍ଧ । ସମ୍ବଲପୁରୀ ଶାଢୀ,ବରହମପୁରୀ ପାଟ , ସକତାପର ଶାଢୀ, ଖଣ୍ଡୁଆ ପାଟ, କୋଟପାଡ ବସ୍ତ୍ର ଆଦି କେବଳ ଦେଶରେ ନୁହେଁ ବିଦେଶରେ ମଧ୍ୟ ଜନାଦୃତ । ଆମ ରାଜ୍ୟରେ ବୟନ ଶିଳ୍ପକୁ କେବଳ ବ୍ୟବସାୟିକ ଦୃଷ୍ଟିରେ ଦେଖାଯାଏ ନାହିଁ, ବରଂ ଏହା ଆମ ସଂସୃତିର ଏକ ପରିଭାଷା । ପିଢି ପିଢି ଧରି ଓଡ଼ିଶାର ଅଧିକାଂଶ ଗ୍ରାମ ନିଜ ଅଞ୍ଚଳର ପ୍ରସିଦ୍ଧ ବୟନ କଳାକୁ ପରମ୍ପରା, ବୃତ୍ତି ତଥା ରୋଜଗାର ଭାବରେ କରି ଆସୁଛନ୍ତି ।
ସଂସାରରେ ଅନେକ ପ୍ରକାରର ବନସ୍ପତି ରହିଅଛି । ସେ ସବୁକୁ ମୁଖ୍ୟତଃ ତିନି ଭାଗରେ ବିଭକ୍ତ କରାଯାଇପାରେ । ପ୍ରଥମ ପ୍ରକାର ବନସ୍ପତି ଜାଳେଣି, ସାର ବା କେତେକ ଉପକରଣ ତିଆରି କାମରେ ଲାଗେ, ଦ୍ଵିତୀୟ ପ୍ରକାର ବନସ୍ପତି ମଣିଷ ଓ ଇତର ପ୍ରାଣୀମାନଙ୍କର ଖାଦ୍ୟ ହୋଇଥାଏ ଓ ଆଉ କିଛି ଗଛଲତା ବିଭିନ୍ନ ପ୍ରକାର ରୋଗର ନିରାମୟ ଓ ନିରାକରଣରେ ବ୍ୟବହୃତ ହୋଇଥାଏ । ତେବେ ଏମିତି ଅନେକ ବନସ୍ପତି ରହିଛି ଯାହାର ଏକାଧିକ ଉପଯୋଗ ରହିଥାଏ । ନିମ୍ନସ୍ଥ ତାଲିକାରେ ଥିବା ଗଛଲତା ଗୁଡିକର ଅଂଶବିଶେଷକୁ ଔଷଧ ଭାବେ ଉପଯୋଗ କରାଯାଇଥାଏ ।
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ଵତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହାଦ୍ଵାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ଵ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
ଉଦୟଗିରି ଓ ଖଣ୍ଡଗିରି ଗୁମ୍ଫା ଅଧା ପ୍ରକୃତିକ ଓ ଅଧା ମଣିଷଦ୍ୱାରା ତିଆରି ଯାହାର ଐତିହାସିକ, ପୁରାତନ ତତ୍ତ୍ଵ ଓ ଧାର୍ମିକ ଗୁରୁତ୍ତ୍ଵ ରହିଛି । ଏହା ଓଡ଼ିଶାର ଭୁବନେଶ୍ଵରଠାରେ ଅବସ୍ଥିତ । ଗୁମ୍ଫାଗୁଡିକ ଦୁଇଟି ପାହାଡ଼ ଉଦୟଗିରି ଓ ଖଣ୍ଡଗିରିରେ ରହିଛି ଯାହା ହାତୀଗୁମ୍ଫାର ଶିଳାଲେଖରେ କୁମାରୀ ପର୍ବତ ନାମରେ ମଧ୍ୟ ଜଣା ଓ ଏହି ଦୁଇ ପାହାଡ଼ ଉଭୟଙ୍କ ଆଡକୁ ମୁଁହାଇ ରାସ୍ତାର ଦୁଇ ପାଖରେ ଅଛନ୍ତି ।ଖଣ୍ଡଗିରିରେ ୧୫ଟି ଗୁମ୍ଫା ଥିବାବେଳେ ଉଦୟଗିରିରେ ୧୮ଟି ଗୁମ୍ଫା ରହିଛି । ହାତୀ ଗୁମ୍ଫା ନିକଟରେ ବାରଭୁଜା ଦେବୀଙ୍କର ଏକ ମନ୍ଦିର ଅଛି।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ମିଳିମିଳା (ଇଂରାଜୀରେ ମିଜିଲ୍ସ ବା ରୁବିଓଲା ବା ରେଡ ମିଜିଲ୍ସ ଯଥାକ୍ରମେ Measles, morbilli, rubeola, or red measles), ଏକ ଅତୀବ ସଂକ୍ରାମକ ରୋଗ ଯାହା ମିଳିମିଳା ଭୁତାଣୁଦ୍ୱାରା ହୁଏ । ପ୍ରାରମ୍ଭିକ ଚିହ୍ନ ଓ ଲକ୍ଷଣ ମଧ୍ୟରେ ଜ୍ୱର (ଅଧିକାଂଶ ସମୟରେ ୪୦୦ସେ.ରୁ ଅଧିକ), କାଶ, ନାକରୁ ପାଣି ବୋହିବା ଓ ଆଖି ଲାଲ ଦେଖାଯାଏ । ଏହି ଲକ୍ଷଣ ସମୂହ ଆରମ୍ଭ ହେବାର ୨ ଦିନ ପରେ ପାଟିର ଭିତର ପାଖରେ ଧଳା ଦାଗ ଦେଖାଯାଏ ଯାହାକୁ କପଲିକ ଦାଗ/Koplik's spots କୁହାଯାଏ । ସାଧାରଣତଃ ଗୋଟିଏ ଚେପଟା ଲାଲ ଦାଗ (ରାସ) ମୁହଁରେ ଆରମ୍ଭ ହୁଏ ଓ ୩ରୁ ୫ ଦିନ ମଧ୍ୟରେ ସାରା ଦେହକୁ ମାଡ଼ିଯାଏ । ଗୋଟିଏ ରୋଗୀ ସଂସ୍ପର୍ଶରେ ଆସିବାର ୧୦ରୁ ୧୨ ଦିନ ପରେ ଲକ୍ଷଣ ଦେଖାଯାଏ ଓ ୭ରୁ ୧୦ ପର୍ଯ୍ୟନ୍ତ ରହେ । ପ୍ରାୟ ୩୦ % କେଶ ଜଟିଳ ହୁଏ ଓ ତରଳ ଝାଡ଼ା, ଅନ୍ଧତ୍ୱ, ମସ୍ତିଷ୍କ ପ୍ରଦାହ ଓ ନିମୋନିଆ ଆଦି ହୁଏ । ରୁବେଲା ବା ଜର୍ମାନ ମିଳିମିଳା (German measles) ଓ ରୋଜିଓଲା (Roseola) ଦୁଇଟି ଭିନ୍ନ ରୋଗ । ମିଳିମିଳା ଏକ ବାୟୁବାହିତ ରୋଗ ଯାହା ରୋଗୀର କାଶ ଓ ଛିଙ୍କଦ୍ୱାରା ବ୍ୟାପେ । ଲାଳ ଓ ନାକରୁ ବାହାରୁଥିବା ତରଳ ପଦାର୍ଥ ସଂସ୍ପର୍ଶରେ ଆସିଲେ ଏହି ରୋଗ ମଧ୍ୟ ବ୍ୟାପେ । ଏହି ରୋଗ ପ୍ରତି ଇମ୍ମ୍ୟୁନିଟି ନ ଥିବା ପ୍ରତି ୧୦ ଜଣରେ ୯ ଜଣ ଲୋକ ଏହି ରୋଗରେ ଆକ୍ରାନ୍ତ ହୁଅନ୍ତି । ରାସ ବା ଚର୍ମ ଲକ୍ଷଣ ପ୍ରକାଶ ପାଇବାର ୪ ଦିନ ପୂର୍ବରୁ ଓ ୪ ଦିନ ପର ପର୍ଯ୍ୟନ୍ତ ରୋଗୀ ସଂକ୍ରମଣକ୍ଷମ ରହେ । ଲୋକମାନେ ସାଧାରଣତଃ ଥରେ ଏହି ରୋଗ ଭୋଗନ୍ତି । ଜନ ସ୍ୱାସ୍ଥ୍ୟ ପ୍ରଚେଷ୍ଟାରେ କୌଣସି ରୋଗୀକୁ ମିଳିମିଳା ସନ୍ଦେହ କଲେ ତାହାର ଭୁତାଣୁ ପରୀକ୍ଷା କରାଯାଏ । ମିଳିମିଳା ପ୍ରତିଷେଧ ନିମନ୍ତେ ମିଳିମିଳା ଟିକା ଅତି ଫଳପ୍ରଦ । ଟିକାକରଣଦ୍ୱାରା ସନ ୨୦୦୦ରୁ ୨୦୧୩ ମଧ୍ୟରେ ମିଳିମିଳା ଜନିତ ମୃତ୍ୟୁ ହାର ୭୫ % କମିଛି ଓ ସାରା ପୃଥିବୀରେ ୮୫ % ପିଲାଙ୍କୁ ଟିକା ଦିଆହୋଇଛି । ଏହି ରୋଗ ନିମନ୍ତେ କୌଣସି ନିର୍ଦ୍ଦିଷ୍ଟ ଚିକିତ୍ସା ନାହିଁ । ସାହାଯ୍ୟକାରୀ ଯତ୍ନ କଲେ ଫଳାଫଳ ଉନ୍ନତ ହୁଏ । ପାଟି ଜଳଯୋଜନ ନିମନ୍ତେ ସାମାନ୍ୟ ମିଠା ଓ ଲୁଣିଆ ତରଳ ପଦାର୍ଥ ଓ ସ୍ୱାସ୍ଥ୍ୟପ୍ରଦ ଖାଦ୍ୟ ଦିଆଯାଏ, ଜ୍ୱର ନିୟନ୍ତ୍ରଣ ନିମନ୍ତେ ଔଷଧ ଦିଆଯାଏ । ନିମୋନିଆ ଭଳି ସଂକ୍ରମଣ ଥିଲେ ଆଣ୍ଟିବାୟୋଟିକ ଦିଆଯାଇପାରେ । ବିକାଶଶୀଳ ଦେଶରେ ଭିଟାମିନ ଏ ଦିଆଯାଏ । ଏହି ରୋଗ ବାର୍ଷିକ ୨୦ ନିୟୁତ ଲୋକଙ୍କୁ ଆକ୍ରମଣ କରେ, ଅଧିକ ଭାବେ ଆଫ୍ରିକା ଓ ଏସିଆ ମହାଦେଶରେ । ଟିକା ପ୍ରତିଷେଧକ ଥିବା ରୋଗ ଭିତରେ ସର୍ବାଧିକ ମୃତ୍ୟୁ ଏହି ରୋଗ ଯୋଗୁ ହୁଏ । ସନ ୧୯୯୦ରେ ୫୪୫,୦୦୦ ମୃତ୍ୟୁ ଏହି ରୋଗ ଯୋଗୁ ହୋଇଥିବା ବେଳେ ସନ ୨୦୧୩ରେ ୮୬,୦୦୦ ମୃତ୍ୟୁ ହୋଇଥିଲା । ସନ ୧୯୮୦ରେ ବାର୍ଷିକ ୨.୬ ନିୟୁତ ମୃତ୍ୟୁ ହେଉଥିଲା । ଅଧିକାଂଶ ସଂକ୍ରମିତ ଓ ମୃତ ରୋଗୀ ୫ ବର୍ଷ ବୟସରୁ କମ । ସଂକ୍ରମିତ ଲୋକଙ୍କ ମଧ୍ୟରୁ ୦.୨ % ଲୋକଙ୍କ ମୃତ୍ୟ ସଙ୍କଟ ଥାଏ, କିନ୍ତୁ କୁପୋଷଣ ଥିଲେ ୧୦ % ଲୋକଙ୍କର ମୃତ୍ୟୁ ସଙ୍କଟ ଥାଏ । ଅନ୍ୟ ପଶୁମାନଙ୍କୁ ଏହି ରୋଗ ହେବା ବିଶ୍ୱାସ କରାଯାଏ ନାହିଁ ।
ମ୍ୟାଲେରିଆ ରୋଗ ହୁଏ ଏକ ପ୍ରୋଟୋଜୋଆନ ପ୍ଲାଜମୋଡିଅମ ଟାଇପର ଏକ-କୋଷି ଅଣୁବୀକ୍ଷଣିକ ପରଜୀବୀଦ୍ୱାରା (protozoans, a type of single cell microorganism) ଯାହା ମଶା ବାହିତ ହୁଏ ଓ ମାନବ ତଥା ଅନ୍ୟାନ୍ୟ ପଶୁମାନଙ୍କୁ ଆକ୍ରମଣ କରେ । ଏହି ରୋଗରେ ସ୍ୱାଭାବିକ ଭାବେ ଜ୍ୱର, ଶରୀର ବେଆରାମ ଓ ଥକ୍କା ଲାଗେ, ବାନ୍ତି ଓ ମୁଣ୍ଡ ବଥା ହୁଏ । ରୋଗ ଗମ୍ଭୀର ହେଲେ କାମଳ ବା ଜଣ୍ଡିସ ହୁଏ, ବାତ ମାରେ ଓ କୋମା ହୋଇ ମୃତ୍ୟୁ ହୁଏ । ମଶା କାମଡ଼ିବାର ୧୦ରୁ ୧୫ ଦିନ ପରେ ମ୍ୟାଲେରିଆ ଆରମ୍ଭ ହୁଏ । ଉପଯୁକ୍ତ ଚିକିତ୍ସା ନ ହେଲେ ମାସାଧିକ କାଳ ପରେ ଏହି ରୋଗ ଲେଉଟେ । ଯେଉଁ ରୋଗୀ ଅଳ୍ପ ଦିନ ହେଲା ଭଲ ହୋଇଛି ତାକୁ ପୁନଃସଂକ୍ରମଣ ହେଲେ ଲକ୍ଷଣ ସ୍ୱଳ୍ପ ମାତ୍ରାରେ ଦେଖାଯାଏ । ପୁନଶ୍ଚ ସଂକ୍ରମିତ ନ ହେଲେ ଏହି ଆଂଶିକ ପ୍ରତିରୋଧ ଶକ୍ତି କିଛି ମାସ ବା ବର୍ଷ ପରେ କମିଯାଏ । ସାଧାରଣତଃ ଏହି ରୋଗ ସଂକ୍ରମିତ ମାଈ ଆନୋଫିଲିସ୍ ମଶା କାମୁଡ଼ିଲେ ତାହାର ଲାଳରେ ଥିବା ପରଜୀବୀ ଶୁଣ୍ଢ ମାଧ୍ୟମରେ ମଣିଷର ରକ୍ତରେ ପ୍ରବେଶ କରେ । ଏହି ପରଜୀବୀ ରକ୍ତରେ ପ୍ରବାହିତ ହୋଇ ଯକୃତରେ ପ୍ରବେଶ କରେ ଓ ସେଠାରେ ବଡ଼ ହୋଇ ପ୍ରଜନନ କରେ । ଅଧିକାଂଶ ମୃତ୍ୟୁ ପ୍ଲାଜ୍ମୋଡ଼ିଅମ୍ ଫାଲସିପ୍ୟାରମ ଯୋଗୁ ହୁଏ ଓ ପ୍ଲାଜ୍ମୋଡ଼ିଅମ୍ ଭାଇଭାକ୍ସ, ପ୍ଲାଜ୍ମୋଡ଼ିଅମ୍ ଓଭେଲ ଇତ୍ୟାଦି ପରଜୀବୀମାନଙ୍କଦ୍ୱରା ସାମାନ୍ୟ ଲକ୍ଷଣ ପ୍ରକାଶ ପାଏ । ମଣିଷ ଦେହରେ ପ୍ଲାଜ୍ମୋଡ଼ିଅମ୍ ନଲେସି (P. knowlesi) କ୍ୱଚିତ୍ ରୋଗ କରେ । ରୋଗୀର ରକ୍ତ ଫିଲ୍ମକୁ ଅଣୁବୀକ୍ଷଣ ଯନ୍ତ୍ରରେ ପରୀକ୍ଷା କରି ପରଜୀବୀ ମିଳିଲେ, କିମ୍ବା ମ୍ୟାଲେରିଆ ଆଣ୍ଟିଜେନ ଡିଟେକ୍ସନ୍ ଟେଷ୍ଟ (rapid diagnostic tests) କରି ଯୁକ୍ତାତ୍ମକ ଫଳ ମିଳିଲେ ରୋଗ ନିର୍ଣ୍ଣୟ କରାଯାଏ । ମ୍ୟାଲେରିଆ ପ୍ରବଣ ଇଲାକାରେ ପଲିମରେଜ ଚେନ ରିଆକ୍ସନ ପରୀକ୍ଷାଦ୍ୱାରା ମଶାର ଡି.ଏନ.ଏ ଚିହ୍ନଟ କରି ରୋଗ ନିର୍ଣ୍ଣୟ କରିବା ଜଟୀଳତା ଓ ବହୁଳ ବ୍ୟୟସାପେକ୍ଷ ଯୋଗୁ ସମ୍ଭବ ହେଉନି । ମ୍ୟାଲେରିଆ ସଙ୍କଟ ଚାରି ଉପାୟରେ ରୋକି ହୁଏ: ମଶାରୀ ବ୍ୟବହାର କରି ମଶା କାମୁଡ଼ାରୁ ରକ୍ଷା ପାଇବା, ମଶାଦୂରକାରୀ ଔଷଧ ବ୍ୟବହାର କରିବା, ମଶାମାରୀ ଔଷଧ ସିଞ୍ଚି ତାଙ୍କୁ ମାରିବା ଓ ସ୍ଥିର ଜଳାଶୟକୁ ନିଷ୍କାସନ କରିବା । ମ୍ୟାଲେରିଆ ପ୍ରବଣ ଇଲାକାକୁ ଯାଉଥିବା ଲୋକଙ୍କୁ ଏହି ରୋଗରୁ ରକ୍ଷା କରିବା ନିମନ୍ତେ କେତେକ ମ୍ୟାଲେରିଆ ପ୍ରତିଷେଧକ ଔଷଧ ଦିଆଯାଏ । ଅତ୍ୟଧିକ ମ୍ୟାଲେରିଆ ହେଉଥିବା ଇଲାକାରେ ପ୍ରଥମ ତିନିମାସ ପରର ଗର୍ଭବତୀ ମହିଳା ଓ ଶିଶୁମାନଙ୍କୁ ସଲ୍ଫାଡକ୍ସିନ/ପାଇରିମେଥାମିନ ବଟିକା ଦିଆଯାଏ । ଆବଶ୍ୟକ ହେଉଥିବା ଟିକା ବାହାରି ନାହିଁ, ଚେଷ୍ଟା ଚାଲିଛି । କେତେକ ମ୍ୟାଲେରିଆ ଦୂରକାରୀ ଔଷଧ ସହ ଆର୍ଟେମିସିନିନ ଦେବାକୁ ସୁପାରିସ କରାଯାଏ । ଦ୍ୱିତୀୟ ଧାଡ଼ିରେ ମେଫ୍ଲୋକ୍ୱିନ, ଲୁମେଫାଣ୍ଟ୍ରିନ କିମ୍ବା ସଲ୍ଫାଡକ୍ସିନ/ପାଇରିମେଥାମିନ ଦିଆଯାଏ । ଆର୍ଟେମିସିନିନ ନ ମିଳିଲେ କୁଇନାଇନ୍ ଓ ଡକ୍ସିସାଇକ୍ଲିନ ବ୍ୟବହାର କରାଯାଇ ପାରେ । ଔଷଧ ପ୍ରତିରୋଧ ସମସ୍ୟା ଯୋଗୁ ଚିକିତ୍ସା ଆରମ୍ଭ କରିବା ପୂର୍ବରୁ ମ୍ୟାଲେରିଆ ନିଶ୍ଚିତତା ପରୀକ୍ଷା କରିବା ଆବଶ୍ୟକ । ଅନେକ ଔଷଧର ପ୍ରତିରୋଧ ବାହାରିଲାଣି ଯଥା କ୍ଲୋରୋକ୍ୱିନ ପ୍ରତିରୋଧକାରୀ ଫ୍ୟାଲ୍ସିପ୍ୟାରମ ଓ ଦକ୍ଷିଣପୂର୍ବ ଏସିଆରେ ଆର୍ଟେମିସିନିନ ପ୍ରତିରୋଧ ଏକ ସମସ୍ୟା ସୃଷ୍ଟି କଲାଣି । ପ୍ଲାଜମୋଡିୟମର ପାଞ୍ଚଟି ପ୍ରଜାତି ମନୁଷ୍ୟମାନଙ୍କୁ ଆକ୍ରମଣ କରିପାରେ ତଥା ସଂକ୍ରାମକ ହୋଇଥାଏ । ଅତ୍ୟଧିକ ମାତ୍ରାରେ ମ୍ୟାଲେରିଆ କରାଉଥିବା ଜୀବାଣୁଟି ହେଲା ପି. ଫାଲସିପାରମ; କିନ୍ତୁ ପି. ଭିଭାକ୍ସ, ପି.
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ପଞ୍ଚଲିଙ୍ଗେଶ୍ଵର ଶିବ ମନ୍ଦିର ଓଡ଼ିଶାର ବାଲେଶ୍ଵର ଜିଲାର ନୀଳଗିରି ପାଖରେ ଥିବା ପଞ୍ଚଲିଙ୍ଗେଶ୍ଵରରେ ଅବସ୍ଥିତ । ଏହି ଲିଙ୍ଗଗୁଡ଼ିକର ଦର୍ଶନ କରିବା ପାଇଁ ଜଣକୁ ପାହାଡ଼଼ି ଚଟାଣ ଭିତରେ ବହିଯାଇଥିବା ଝରଣା ପାଣି ଦେଇ ହାତରେ ଛୁଇଁ ଜାଣିବାକୁ ପଡ଼ିବ । ଏଠାରେ ପାହାଡ଼଼ୀ ଝରଣା ଭିତରେ ପାଞ୍ଚୋଟି ଶିବଲିଙ୍ଗ ପୂଜାପାଉଛନ୍ତି ଯାହାଙ୍କ ନାମ ଅନୁସାରେ ଏହି ଜାଗାର ନାମ ପଞ୍ଚଲିଙ୍ଗେଶ୍ଵର ହୋଇଅଛି ।ବାଲେଶ୍ୱର ସମୁଦ୍ର ଉପକୂଳରେ ବଙ୍ଗୋପସାଗରର ବେଳାଭୂମିକୁ ସାମନ୍ତରାଳଭାବରେ କୁପାରୀ ଠାରୁ ନୀଳଗିରି ପର୍ଯ୍ୟନ୍ତ ପୂର୍ବଘାଟ ପର୍ବତମାଳା ଲମ୍ବିଆସିଛି । ୧୦୦୦ ଫୁଟ ଛୋଟ ଛୋଟ ପାହାଡ଼ "ଦେବଗିରି" ପର୍ବତମାଳାର ପଞ୍ଚେଲିଙ୍ଗେଶ୍ୱର ଏକ ଅଂଶ ବିଶେଷ । ଏହି ଶୈବପୀଠର ପାଦଦେଶରେ ଝରଣାଟିଏ ବହିଯାଇଛି । ଏହି ଜଳସ୍ରୋତ ମଧ୍ୟରେ ଅଦୃଶ୍ୟ ପାଞ୍ଚଗୋଟି ଲିଙ୍ଗ ହେଉଛନ୍ତି ପଞ୍ଚେଲିଙ୍ଗେଶ୍ୱର ପୀଠ । ଭକ୍ତମାନେ ଜଳସ୍ରୋତ ମଧ୍ୟରେ ପଞ୍ଚେଲିଙ୍ଗେଶ୍ୱରଙ୍କୁ ଦର୍ଶନ କରି ପୂଜାକରନ୍ତି । ପ୍ରସ୍ତର ଉପରେ ବସି ପୁଜକ ଶିବଲିଙ୍ଗ ପୂଜା କରିଥାନ୍ତି । ରାଜ୍ୟ ପର୍ଯ୍ୟଟନ ତରଫରୁ ଯାତ୍ରୀନିବାସର ଆନୁସାଙ୍ଗିକ ବ୍ୟବସ୍ଥା ମଧ୍ୟ ରହିଛି । ସରସ୍ୱତୀ ପୂଜା ସମୟରେ ପାଞ୍ଚ ଦିନ ବ୍ୟାପୀ ମେଳା ହୁଏ । ବହୁ ଲୋକ ଏଠାକୁ ଆସି ଦେବଦର୍ଶନ କରିଥାନ୍ତି ଓ ମନୋହାରୀ ଜିନିଷ କିଣିଥାନ୍ତି । ଦେବଗିରି ପର୍ବତର ଶିଖର ଦେଶରେ ମଣ୍ଡଳେଶ୍ୱରୀ ଦେବୀସ୍ଥାନ ରହିନ୍ତି । ଏହାଙ୍କୁ ବର୍ଷାଦେବୀ ମଧ୍ୟ କହାଯାଏ । ବର୍ଷା ନହେଲେ ଦେବୀଙ୍କୁ ପୂଜାକଲେ ବର୍ଷା ହୋଇଥାଏ ବୋଲି ଲୋକବିଶ୍ୱାସ ରହିଛି । ଦେବଗିରି ପର୍ବତମାଳା ପରିବେଷ୍ଟିତ ପର୍ବତର ଶୀର୍ଷଦେଶରୁ ମଙ୍ଗଳପୁର ପ୍ରାଚୀନ ପଥ ଓ ଦୁର୍ଗପର୍ଯ୍ୟନ୍ତ ଏକ ସୁଡ଼ଙ୍ଗ ରହିଛି । ଜନଶୃତି ଅଛି ଯେ ପଞ୍ଚଲିଙ୍ଗେଶ୍ୱର ପାହାଡ଼ର ପାଦଦେଶରୁ ଏହି ସୁଡଙ୍ଗ ରହିଛି ।
ଦାଶରଥି ପଟ୍ଟନାୟକ (୧୨ ଜୁଲାଇ ୧୯୦୭ - ୧୨ ସେପ୍ଟେମ୍ବର ୧୯୯୭) ଓଡ଼ିଶାର ଜଣେ ସଂଗ୍ରାହକ ଓ ଓଡ଼ିଆ ପାଠାଗାର ଆନ୍ଦୋଳନର ପୁରୋଧା । ସେ ଦଶ ପଇସାର ରାଜା ଓ ଖୁଣ୍ଟାତଡ଼ା ରାଜା ଓ ଦାଶିଆ ଅଜା ଭାବରେ ମଧ୍ୟ ପରିଚିତ । ସେ ବାଞ୍ଛାନିଧି ପାଠାଗାର (୧୯୫୯), ଶ୍ରୀ ଅରବିନ୍ଦ ସଂଗ୍ରହାଳୟ (୧୯୭୩) ଓ ଯଦୁମଣି ସାହିତ୍ୟ ସଂସଦ (୧୯୭୫) ପ୍ରତିଷ୍ଠା କରିଥିଲେ । ୧୯୯୭ ମସିହା ସେପ୍ଟେମ୍ବର ୧୨ତାରିଖରେ ତାଙ୍କର ପରଲୋକ ହୋଇଥିଲା ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ବାମାପଦ ତ୍ରିପାଠୀ ଏବେ ସମାଜର ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଫୁଟବଲ ବିଶ୍ଵର ଅନ୍ୟ ଏକ ଲୋକପ୍ରିୟ ଖେଳ ।ଏହି ଖେଳରେ ଏକ ଗୋଲାକାର ବଲକୁ ପାଦରେ ଗୋଇଠା ମାରି ଖେଳଯାଏ ।ଏହି ଖେଳର ସମୟସୀମା ୯୦ ମିନିଟ ।ଏହା ଦୁଇ ଦଳ ମଧ୍ୟରେ ଖେଳଯାଏ । ପ୍ରତି ଦଳରେ ଖେଳାଳିଙ୍କ ସଂଖ୍ୟା ୧୧। ଏଠି ସହ ୩ଟି ବଦଳ ଖେଳାଳିଙ୍କୁ ମଧ୍ୟ ସୁଯୋଗ ଦିଆଯାଏ। ବଲ୍କୁ କେବଳ ଗୋଡରେ ମାରି ଖେଳିହେବ, ଗୋଲକିପର ଛଡା ଅନ୍ୟ କୌଣସି ଖେଳାଳି ହାତରେ ଛୁଇଣିଲେ ହାଣ୍ଡବଲ ଦୋଷ ହୁଏ।
ବଲାଙ୍ଗୀର ଜିଲ୍ଲାର ପାଟଣାଗଡ ଉପଖଣ୍ଡ ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ପର୍ବତର ପାଦଦେଶରେ ଥିବା ହରିଶଙ୍କର ଉଭୟ ଶୈବପୀଠ ଓ ପ୍ରାକୃତିକ ସୌନ୍ଦର୍ଯ୍ୟ ପାଇଁ ପ୍ରସିଦ୍ଧ । ଏହାର ଦୂରତା ସଦର ମହକୁମାରୁ ପ୍ରାୟ ୮୦ କି.ମି ହେବ । ଗନ୍ଧମାର୍ଦ୍ଦନ ପର୍ବତର ଉତ୍ତରାଞ୍ଚଳରେ ବରଗଡ଼ ଜିଲ୍ଲାର ପ୍ରସିଦ୍ଧ ନୃସିଂହନାଥ ମନ୍ଦିର ଥିବାବେଳେ ଦକ୍ଷିଣରେ ରହିଛି ହରିଶଙ୍କର । ଏହି ପୀଠରେ ହରି ଓ ଶଙ୍କର ଏକାଠି ପୂଜା ପାଉଥିବାରୁ ଏହି ପୀଠର ସ୍ଵତନ୍ତ୍ରତା ରହିଛି । ହରିଶଙ୍କର ମନ୍ଦିର ଏବଂ ନୃସିଂହନାଥ ମନ୍ଦିର ମଧ୍ୟରେ ଅବସ୍ଥିତ ମାଳଭୂମିରେ ବୌଦ୍ଧ ଧର୍ମାଲମ୍ବୀଙ୍କଦ୍ୱାରା ନିର୍ମାଣ କରାଯାଇଥିବା ଧ୍ୱସ୍ତବିଧ୍ୱସ୍ତ ଏକ ପ୍ରାଚୀନ ପରିମଳଗିରି ବିଶ୍ୱବିଦ୍ୟାଳୟ ରହିଛି ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ସୁଇଜରଲ୍ୟାଣ୍ଡ / ସ୍ଵିଜରଲ୍ୟାଣ୍ଡ ବା ସ୍ଵିସ୍ ସଂଘରାଜ୍ୟ ଇଉରୋପର ଏକ ସଂଘୀୟ ଗଣତାନ୍ତ୍ରିକ ଦେଶ । ସ୍ଵିଜରଲ୍ୟାଣ୍ଡ ଦେଶ ୨୬ଟି ସଂଘରାଜ୍ୟ ବା କ୍ୟାଣ୍ଟନରେ ବିଭକ୍ତ ଓ ବର୍ନ୍ (ଈଂରାଜୀରେ Bern) ଏହି ଦେଶର ରାଜଧାନୀ । ପଶ୍ଚିମ ଇଉରୋପର କେନ୍ଦ୍ରରେ ସ୍ଵିଜରଲ୍ୟାଣ୍ଡ ଅବସ୍ଥିତ । ସ୍ଵିଜରଲ୍ୟାଣ୍ଡକୁ ଦକ୍ଷିଣ ପଟେ ଇଟାଲି, ପଶ୍ଚିମ ପଟେ ଫ୍ରାଂସ୍, ଉତ୍ତର ପଟେ ଜର୍ମାନୀ ଓ ପୂର୍ବପଟେ ଅଷ୍ଟ୍ରିଆ ଏବଂ ଲିଖଟେନଷ୍ଟାଇନ୍ ଘେରି ରହିଛନ୍ତି । ଚାରିପଟୁ ସ୍ଥଳଭାଗଦ୍ଵାରା ପରିବେଷ୍ଟ ଏହି ଦେଶର କ୍ଷେତ୍ରଫଳ ପ୍ରାୟ ୪୧୨୮୫ ବର୍ଗ କିଲୋମିଟର୍ (୧୫୯୪୦ ବର୍ଗ ମାଇଲ୍) । ଭୌଗୋଳିକ ଦୃଷ୍ଟିକୋଣରୁ ଏହାର ଭୂଭାଗ ଆଲ୍ପସ୍ ପର୍ବତଶ୍ରେଣୀ, ସ୍ଵିସ୍ ଉଚ୍ଚ-ସମଭୂମି ଓ ଜୁରା ପର୍ବତାଞ୍ଚଳଦ୍ଵାରା ଶୋଭିତ । ଆଲ୍ପସ୍ ପର୍ବତଶ୍ରେଣୀ ଏହି ଦେଶର ଅଧିକାଂଶ ଭାଗ ଅଧିକାର କରିଥିବା ବେଳେ ଏହାର ଉଚ୍ଚ ସମତଳ ଭୂମିରେ ପ୍ରାୟ ୮୦ ଲକ୍ଷ ସ୍ଵିସ୍ (ଈଂରାଜୀରେ Swiss) ନାଗରିକ ବସବାସ କରିଥାନ୍ତି । ଏହି ଉଚ୍ଚ ସମତଳ ଭୂମିରେ ଅନେକ ପ୍ରମୁଖ ନଗର ଗଢ଼ି ଉଠିଛି । ବିଶ୍ଵ ଅର୍ଥନୀତିର ପ୍ରମୁଖ କେନ୍ଦ୍ର ଭାବେ ପରିଗଣିତ ଜୁରିକ୍ ଓ ଜେନିଭା ତନ୍ମଧ୍ୟରୁ ଅନ୍ୟତମ ।
ଗୋସାଣୀ ଯାତ୍ରା (ଗୋଷାଣୀ ଯାତ) ପୁରୀର ଏକ ପ୍ରସିଦ୍ଧ ପର୍ବ । ଦଶହରା ସମୟରେ ଦୁର୍ଗାପୂଜାକୁ ପୁରୀରେ ଗୋଷାଣି ଯାତ୍ରା ଭାବେ ପାଳନ କରାଯାଏ । ପୁରୀରେ ଥିବା ଅନେକ ସ୍ଥାନରେ ମା' ଦୁର୍ଗାଙ୍କର ମୃଣ୍ମୟୀ ମୂର୍ତ୍ତିପୂଜା ପାଆନ୍ତି। ମହିଷାସୁରର ପତ୍ତନ ପରେ ଦୁର୍ଗାଙ୍କ ସହଚରୀ ଯୋଗିନୀମାନେ ବିଭିନ୍ନ ପୀଠରେ ଅବସ୍ଥାନ କଲେ । ଏହି ମାନଙ୍କ ରୂପକୁ ଗୋସାଣୀ କୁହାଯାଏ । ଗୋସାଣୀମାନଙ୍କ ମୃଣ୍ମୟୀ ମୂର୍ତ୍ତି ଦୁର୍ଗାମୂର୍ତ୍ତିଙ୍କ ଠାରୁ ଭିନ୍ନ। ସପ୍ତମୀଠାରୁ ମହାନବମୀ ପର୍ଯ୍ୟନ୍ତ ମାଆ ଦୁର୍ଗାଙ୍କର ପୂଜା ହେଉଥିବା ବେଳେ ଏହି ଯୋଗିନୀମାନଙ୍କର ପୂଜା ସପ୍ତମୀ ଏକାଦଶୀ ପର୍ଯ୍ୟନ୍ତ ହୁଏ। ଶ୍ରୀକ୍ଷେତ୍ରରେ ଗୋସାଣୀମାନଙ୍କ ଭିନ୍ନ ଭିନ୍ନ ଯଥା କାକୁଡ଼ିଖାଇ, ବାରହାଟି, ଜହ୍ନିଖାଇ, ଶୂନ୍ୟଗୋସାଣୀ, ବଜ୍ରକୋଟ, କଣ୍ଟାକାଢି, ପଣାପ୍ରିୟା, ବେଳବାଇ, ହଜୁରି, ନାଗକୋଟ ଇତ୍ୟାଦି ।