ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
କୁଳାଙ୍ଗାର, ୨୦୧୮ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର କୌଣସି ପ୍ରେକ୍ଷାଳୟରେ ପ୍ରଦର୍ଶିତ ନ ହୋଇ ଓଡ଼ିଆ ଦୂରଦର୍ଶନ ଚେନାଲ ଜୀ ସାର୍ଥକରେ ୨୫ ନଭେମ୍ବର ୨୦୧୮ ଦିନ ସନ୍ଧ୍ୟା ପ୍ରଦର୍ଶିତ ହୋଇଥିଲା । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଦେବାଶିଷ ପାତ୍ର । ବିଜୟ ମଲ୍ଲ ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ଏବଂ ସଂଳାପ ରଚନା କରିଥିଲେ । ଅଶ୍ୱିନୀ ଗଡ଼ନାୟକ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ୱର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ୱର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ୱାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ୱତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ମାନବ ଇମ୍ମ୍ୟୁନାଭାବ ଭୁତାଣୁ ସଂକ୍ରମଣ ଓ ଅର୍ଜିତ ଇମ୍ମ୍ୟୁନାଭାବ ସିଣ୍ଡ୍ରୋମ (HIV and AIDS) ଏକ ବିସ୍ତୃତ ଶ୍ରେଣୀର ଭୁତାଣୁ ଜନିତ ସଂକ୍ରମଣ ଯାହା ମାନବ ଇମ୍ମ୍ୟୁନାଭାବ ଭୁତାଣୁଦ୍ୱାରା ହୁଏ । ରୋଗ ଆରମ୍ଭ ସମୟରେ ଲକ୍ଷଣ ଜଣାଯାଇ ନ ପାରେ ବା ସାମାନ୍ୟ ଇନ୍ଫ୍ଲୁଏଞ୍ଜା ରୋଗ ଭଳି ଲକ୍ଷଣ ପ୍ରକାଶ ପାଏ । ଏହା ପଶ୍ଚାତ ବହୁତ ଦିନ ଧରି କୌଣସି ଲକ୍ଷଣ ଦେଖାଯାଏ ନାହିଁ । ସମୟକ୍ରମେ ଇମ୍ମ୍ୟୁନିଟି ବିଭାଗକୁ ଦୁର୍ବଳ କରିଦେବା ଫଳରେ ଯକ୍ଷ୍ମା ତଥା ଅନ୍ୟାନ୍ୟ ସଂକ୍ରମଣ ଓ ଅର୍ବୁଦ ଦେଖାଯାଏ ଯାହା ଇମ୍ମ୍ୟୁନିଟି ଥିବା ଲୋକଙ୍କଠାରେ ଦେଖାଯାଏ ନାହିଁ । ବିଳମ୍ବିତ ଲକ୍ଷଣ ବାହାରିଲେ ଏଡସ୍ କୁହାଯାଏ । ଏହି ସମୟରେ ଓଜନ ହ୍ରାସ ହୁଏ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ବାଲିଯାତ୍ରା (ଡ଼ଙ୍ଗାଭସା ବା ବୋଇତ ବନ୍ଦାଣ ନାମରେ ମଧ୍ୟ ଜଣା)ଏକ ଓଡ଼ିଆ ପର୍ବ । ବାଲିଯାତ୍ରା ଓଡ଼ିଶାର ଗୌରବପୂର୍ଣ୍ଣ ଐତିହ୍ୟର ଯାତ୍ରା । ବାଲିଯାତ୍ରା ଏପରି ଏକ ଗଣମହୋତ୍ସବ ଯାହା ଓଡ୍ର, କଳିଙ୍ଗ, ଉତ୍କଳ, ତୋଷାଳୀ, କଙ୍ଗୋଦ ଓ କୋଶଳର ସମନ୍ୱୟଭିତ୍ତିକ ଯାତ୍ରା । ଆଧୁନିକ ଓଡ଼ିଶା ଉପରୋକ୍ତ ରାଷ୍ଟ୍ରଗୁଡିକର ପରିବର୍ତ୍ତିତ ରୂପ । ଏହି ଯାତ୍ରା (ଅକ୍ଟୋବର-ନଭେମ୍ବର) କାର୍ତ୍ତିକ ମାସର ପୂର୍ଣ୍ଣିମା ଠାରୁ ଆରମ୍ଭ ହୋଇଥାଏ । ଆଗ କାଳରେ ସାଧବପୁଅମାନେ ନିଜ ବୋଇତରେ ଜାଭା, ବାଲି, ସୁମାତ୍ରା,ବୋର୍ଣ୍ଣିଓ (ଏବେକାର ଇଣ୍ଡୋନେସିଆ) ଆଦି ସ୍ଥାନକୁ ବେପାର ବଣିଜ କରିବାକୁ ଯାଉଥିଲେ ଯାହାର ସ୍ମୃତିରେ ଉପକୂଳ ଅଞ୍ଚଳମାନଙ୍କରେ ବାଲିଯାତ୍ରାର ଆୟୋଜନ କରାଯାଇଥାଏ ।ଓଡ଼ିଶାର କଟକ ସହରରେ ବୋଇତ ବନ୍ଦାଣ ବା ବାଲିଯାତ୍ରାର ମହାସମାଗମ ହୋଇଥାଏ । କାର୍ତ୍ତିକ ପୂର୍ଣ୍ଣିମା ଦିନ ଓଡ଼ିଆମାନେ ଆକାମାବୈ ଗୀତ ବୋଲି ଡଙ୍ଗା ଭସାଇଥାନ୍ତି ଓ ଓଡ଼ିଶାର ଏହି ଅତୀତର ଇତିହାସକୁ ମନେପକାଇଥାନ୍ତି । ଏହି ସମୟକୁ ସାଧବମାନେ ବେପାର-ବଣିଜ ପାଇଁ ପ୍ରକୃଷ୍ଟ ସମୟ ଭାବୁଥିଲେ କାରଣ ପବନର ଗତି ସେମାନଙ୍କ ଯାତ୍ରାକୁ ସହଜ କରୁଥିଲା । କଟକଠାରେ ବାଲିଯାତ୍ରା ପ୍ରତି ବର୍ଷ ଗଡ଼ଗଡ଼ିଆ ଘାଟ ଓ ବାରବାଟି ଦୁର୍ଗ ନିକଟରେ ଅନୁଷ୍ଠିତ ହୋଇଥାଏ। ଏଠାକୁ ଓଡ଼ିଶା ଓ ଦେଶର ବିଭିନ୍ନ ପ୍ରାନ୍ତରୁ ଅନେକ ବ୍ୟବସାୟୀ ଆସିଥାନ୍ତି । ଦେଶର ବିଭିନ୍ନ ପ୍ରାନ୍ତର ହସ୍ତ-ଶିଳ୍ପ ଦେଖିବାକୁ ମିଳିଥାଏ । ବାଲିଯାତ୍ରାରେ କଟକ ପ୍ରସିଦ୍ଧ ଦହିବରା-ଆଳୁଦମ ଓ ଠୁଙ୍କାପୁରି ଇତ୍ୟାଦି ଖାଦ୍ୟ ବହୁସ୍ଥାନରେ ବିକ୍ରିହୁଏ |
ହେମୋଫିଲିଆ (ଇଂରାଜୀରେHaemophilia also spelled hemophilia) ଏକ ଅନୁବଂଶିକ (inherited) ଜେନେଟିକ (genetic disorder) ରୋଗ ଯେଉଁଥିରେ ରକ୍ତ ଜମାଟ ବାନ୍ଧିବା ଶକ୍ତି କମିଯାଏ ଓ ରକ୍ତ ସ୍ତମ୍ଭନ (ରକ୍ତସ୍ରାବ ବନ୍ଦ) ହୁଏନି । ଫଳରେ ଆଘାତ ପରେ ରକ୍ତସ୍ରାବ ଅଧିକ ସମୟ ଧରି ଚାଲିଥାଏ, ସହଜରେ ଅଧଃଚର୍ମ କ୍ଷତ (bruising) ହୁଏ ଓ ଗଣ୍ଠି ରକ୍ତସ୍ରାବ (bleeding inside joint) ବା ମସ୍ତିସ୍କରେ ରକ୍ତସ୍ରାବ ସଙ୍କଟ ରହେ । ସାମାନ୍ୟ ରୋଗରେ ଦୁର୍ଘଟଣା ବା ଅପରେଶନ ପରେ ଲକ୍ଷଣ ବାହାରେ । ରକ୍ତସ୍ରାବ ଫଳରେ ଗଣ୍ଠି ସ୍ଥାୟୀ ଭାବରେ ନଷ୍ଟ ହୋଇଯାଏ ଓ ମସ୍ତିଷ୍କରେ ରକ୍ତସ୍ରାବ ଫଳରେ ମୁଣ୍ଡବଥା, ଅପସ୍ମାର ବାତ ଓ ଚେତନା କମ ରହେ । ଦୁଇ ପ୍ରକାର ହେମୋଫିଲିଆ ଅଛି: ହେମୋଫିଲିଆ କ ଯେଉଁଥିରେ ଯଥେଷ୍ଟ ଫ୍ୟାକ୍ଟର ୮ (factor VIII) ନ ଥାଏ ଓ ହେମୋଫିଲିଆ ଖ ଯେଉଁଥିରେ ଯଥେଷ୍ଟ ଫ୍ୟାକ୍ଟର (factor IX) ନ ଥାଏ । ପିତା ବା ମାତାଙ୍କଠାରୁ ଆସିଥିବା ଏକ୍ସ କ୍ରୋମୋଜୋମରେ (X chromosome) ଏକ ଅଣକାର୍ଯ୍ୟକାରୀ ଜିନ (gene) ଥିବା ଯୋଗୁ ଏହି ରୋଗ ହୁଏ । ବିକାଶର ପ୍ରଥମାବସ୍ଥାରେ ଏକ ନୂଆ ମ୍ୟୁଟେସନ ହେଲେ ବା ଜୀବନର ପର ପର୍ଯ୍ୟୟରେ କ୍ଲଟିଙ୍ଗ ଫ୍ୟାକ୍ଟର ବିରୁଦ୍ଧରେ ଆଣ୍ଟବଡି ତିଆରି ହୋଇଗଲେ ହେମୋଫିଲିଆ ହୁଏ । ଅନ୍ୟ ଦୁଇ ପ୍ରକାର ହେମୋଫିଲିଆର ନାମ ଯଥାକ୍ରମେ ହେମୋଫିଲିଆ ଗ (ଫ୍ୟାକ୍ଟର XI ଅଭାବ ଯୋଗୁ) ଓ ପାରାହେମୋଫିଲିଆ (ଫ୍ୟାକ୍ଟର V ଅଭାବ ଯୋଗୁ) । କର୍କଟ ରୋଗ, ଅଟୋଇମ୍ମ୍ୟୁନ ରୋଗ (autoimmune disorder) ଓ ଗର୍ଭାବସ୍ଥାରେ ଉପାର୍ଜ୍ଜିତ ହେମୋଫିଲିଆ ହୋଇପାରେ । ରକ୍ତର ଜମାଟ ବାନ୍ଧିବା କ୍ଷମତା ଓ ବିଭିନ୍ନ କ୍ଲଟିଙ୍ଗ ଫ୍ୟାକ୍ଟର ସ୍ତର ମାପ କରି ରୋଗ ନିର୍ଣ୍ଣୟ କରାଯାଏ ।ମହିଳାର ଅଣ୍ଡା ବାହାର କରି ତାହାକୁ ନିଷେଚନ (fertilizing) କରିବା ପରେ ଭୃଣ (embryo) ପରୀକ୍ଷା କରି ଜରାୟୁ ଭିତରେ ରଖିଲେ ଏ ରୋଗ ପ୍ରତିଷେଧ କରିହୁଏ । ଏହାର ଚିକିତ୍ସାରେ ଦେହରେ ନ ଥିବା କ୍ଲଟିଙ୍ଗ ଫ୍ୟାକ୍ଟର ପୁନଃସ୍ଥାପନ କରାଯାଏ । ଏହି ପ୍ରଥା ନିୟମିତ ବା ରକ୍ତସ୍ରାବ ସମୟରେ କରାଯାଇପାରେ । ଘରେ ବା ଡାକ୍ତରଖାନାରେ ପୁନଃସ୍ଥାପନ କରାଯାଇପାରେ । ମାନବ ରକ୍ତରୁ ବା ପ୍ରୋଟିନରୁ କ୍ଲଟିଙ୍ଗ ଫ୍ୟାକ୍ଟରରୁ (recombinant methods) ପ୍ରସ୍ତୁତ କରାଯାଏ । ଆଣ୍ଟିବାୟୋଟିକ ବିରୁଦ୍ଧରେ ଆଣ୍ଟିବଡି ପ୍ରସ୍ତୁତ ହେଉଥିବା ୨୦% ଲୋକଙ୍କର ଚିକିତ୍ସା କଷ୍ଟସାଧ୍ୟ । ସାମାନ୍ୟ ଧରଣର ହେମୋଫିଲିଆ କ ହୋଇଥିଲେ ଡେସମୋପ୍ରେସିନ (desmopressin) ଔଷଧ ଦିଆଯାଇପାରେ । ଅଧୁନା ଜିନ ଥେରାପି (gene therapy) ପରୀକ୍ଷଣ ଅବସ୍ଥାରେ ଅଛି । ପ୍ରତି ୫,୦୦୦ରୁ ୧୦,୦୦୦ ଲୋକରେ ଜଣେ ହେମୋଫିଲିଆ କ ରୋଗରେ ଆକ୍ରାନ୍ତ ହୁଏ ଓ ପ୍ରତି ୪୦,୦୦୦ରେ ଜଣେ ପୁରୁଷ ହେମୋଫିଲିଆ ଖ ରୋଗରେ ଜନ୍ମରୁ ଆକ୍ରାନ୍ତ ହୁଏ । କେତେକ ମହିଳାଙ୍କର ଏକ୍ସ କ୍ରୋମୋଜୋମ ସହିତ ଅଣକାର୍ଯ୍ୟକାରୀ ଜିନ ଥିଲେ ସାମାନ୍ୟ ଲକ୍ଷଣ ପ୍ରକାଶ ପାଇପାରେ । ହେମୋଫିଲିଆ ଗ ଉଭୟ ପୁରୁଷ ଓ ମହିଳାଙ୍କୁ ସମ ଭାଗରେ ଆକ୍ରମଣ କରେ ଓ ମୂଖ୍ୟତଃ ଆସ୍କେନାଜି ଜିଉଙ୍କର (Ashkenazi Jews) ଏ ରୋଗ ହୁଏ । ୧୮୦୦ଶତାବ୍ଦୀରେ ୟୁରୋପର ରାଜକୀୟ ପରିବାରରେ ସାଧାରଣତଃ ଏହି ରୋଗ ଥିଲା । ସନ ୧୯୫୨ରେ ହେମୋଫିଲିଆ କ ଓ ଖ ମଧ୍ୟରେ ଥିବା ପାର୍ଥକ୍ୟ ଜଣାଯାଇଥିଲା । ଗ୍ରୀକ ଭାଷାରୁ ଅଣାଯାଇଥିବା ଶବ୍ଦ ହାଇମା/haima αἷμα ଅର୍ଥ ରକ୍ତ ଓ ଫିଲିଆ/philia φιλία ଅର୍ଥ ପ୍ରେମ ।
ଲିନକ୍ସ (ଇଂରାଜୀ:linux) ଅଧିକାଂଶ କ୍ଷେତ୍ରରେ ଇଉନିକ୍ସ(UNIX) ପରି ମନେହୁଏ ଓ ଇଉନିକ୍ସ ପରି ଦେଖାଯାଏ । କିନ୍ତୁ ଲିନକ୍ସ , ଇଉନିକ୍ସ ଅପେକ୍ଷା ନୂଆ ଅଟେ । ଏହାର ଗଠନ ଆରମ୍ଭ ହେଲା ୧୯୯୧ରେ , ଯେତେବେଳେ ଜଣେ ଫିନ୍ (Finnish) ଛାତ୍ର "ଲିନସ ଟରୱାଲଡସ୍" (Linus Torvalds) ଲିନକ୍ସର ଲେଖା ଆରମ୍ଭ କଲେ, ୮୦୩୮୬ ପ୍ରୋସେସର ପାଇଁ ଏକ ଛୋଟିଆ କର୍ନେଲ(Kernel) ଟିଏ ।ବିକାଶର ପ୍ରାରମ୍ଭରୁ ହିଁ , ଲିନକ୍ସର ସୋର୍ସ୍ କୋଡ୍(Sorce Code) ମାଗଣାରେ ଇଣ୍ଟର୍ନେଟରେ ଉପଲବ୍ଧ ହେଉଥିଲା । ତଦ୍ଦ୍ୱାରା ଲିନକ୍ସର ଇତିହାସକୁ ସାରା ବିଶ୍ୱର ବ୍ୟବହାରକାରୀ ପରିପୃଷ୍ଠ କରି ଚାଲିଲେ । ପ୍ରଥମ କର୍ନେଲ, ଯେଉଁଥିରେ ଇଉନିକ୍ସ ସିଷ୍ଟମର ଅଳ୍ପ କିଛି ଅଂଶ ବ୍ୟବହାର କରଯାଇଥିଲା, କ୍ରମେ ଏହା ଇଉନିକ୍ସର ଅନ୍ୟାନ୍ୟ ବହୁତ ବିଭାଗକୁ ମିଶାଇ ଚାଲିଲା ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଗୌରହରି ପରିଚ୍ଛା (୧୭୯୪-୧୮୯୩, ମତାନ୍ତରରେ ୧୭୯୪-୧୮୮୪, ୧୭୯୮-୧୮୯୭ ଓ ପ୍ରମାଦପୂର୍ଣ୍ଣ ୧୮୨୯-୧୯୨୭) ଓଡ଼ିଶାର ଜଣେ ପୁରାତନ କବି । ପାରଳାଖେମୁଣ୍ଡିରେ ଜନ୍ମିତ । ସେ ରାଧାକୃଷ୍ଣ ସମ୍ବନ୍ଧିତ ଅନେକ ଚଉପଦୀ, ଛାନ୍ଦ ଓ କାବ୍ୟ ଲେଖି ଓଡ଼ିଶୀ ସଙ୍ଗୀତ ଓ ସାହିତ୍ୟକୁ ସମୃଦ୍ଧ କରିଛନ୍ତି । ଗୌରହରି କବିକଳହଂସ ଗୋପାଳକୃଷ୍ଣ ପଟ୍ଟନାୟକଙ୍କ ସମସାମୟିକ ଥିଲେ । ନିଜ କବିତ୍ୱ ଛଡ଼ା ସେ ନିଜ ବୀଣାବାଦନ ନିମନ୍ତେ ମଧ୍ୟ ପ୍ରସିଦ୍ଧି ଲାଭ କରିଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ଭରତୀୟ ଜାତୀୟ କଂଗ୍ରେସ (ପ୍ରାୟତଃ କଂଗ୍ରେସ ପାର୍ଟି ବୋଲି ଜଣାଯାଏ ) ଭାରତର କୋଣ ଅନୁକୋଣରେ ଥିବା ଏକ ବଡ ରାଜନୈତିକ ଦଳ ଅଟେ । ୧୮୮୫ ମସିହାରେ ଏହି ଦଳଟି ପ୍ରତିଷ୍ଠିତ ହୋଇଥିଲା । ଏହା ହେଉଛି ପ୍ରଥମ ଦଳ ଯାହା ବ୍ରିଟିଶ ଶାଶକଙ୍କୁ ଏସିଆ ଓ ଆଫ୍ରିକାରୁ ଔପନାସିକବାଦରୁ ଓହରିଯିବା ନିମିତ୍ତ ଆନ୍ଦୋଳନ କରିଥିଲା । ଅନେକ ରାଜ୍ୟ ସରକାରରେ ମଧ୍ୟ ଏହା ଏକ ଶକ୍ତିଶାଳୀ ଦଳ ଅଟେ । ୨୦୦୪ରୁ ୨୦୧୪ ପର୍ଯ୍ୟନ୍ତ କଂଗ୍ରେସର ମେଣ୍ଟ ସରକାର ୟୁ.ପି.ଏ.
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ବୈଶାଖ ମାସର ପୂର୍ଣ୍ଣମୀ ତିଥିରେ ବୁଦ୍ଧ ଜୟନ୍ତୀ ପାଳିତ ହୁଏ। ତେଣୁ ଏହି ପୂର୍ଣ୍ଣିମାକୁ ବୌଦ୍ଧ ପୂର୍ଣ୍ଣିମା କୁହାଯାଏ। ବୌଦ୍ଧ ଧର୍ମରେ ପର୍ବପର୍ବାଣୀ ଓ ଆଡମ୍ବର କମ୍ ଥିଲେ ହେଁ ଉପାସନା, ଆରାଧନା, ଧ୍ୟାନ ଓ ସାଧନା ଆଦି ଆଚରଣବିଧି ପାଇଁ ବର୍ଷର ବାରଟିଯାକ ପୂର୍ଣ୍ଣିମା ତିଥି ଅତ୍ୟନ୍ତ ପୁଣ୍ୟ ଦିବସ। ବୌଦ୍ଧ ଧର୍ମାବଲମ୍ବୀମାନେ ପ୍ରତ୍ୟେକ ପୂର୍ଣ୍ଣିମା ତିଥିରେ ପ୍ରାର୍ଥନା ଓ ଧ୍ୟାନ ବ୍ୟତୀତ ସ୍ୱତନ୍ତ୍ର ଉପାସନା ପର୍ଯ୍ୟନ୍ତ ଉପବାସ ରହିଥାନ୍ତି।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଉଇକିସୋର୍ସ (ଇଂରାଜୀ) ବା ଉଇକିସ୍ରୋତ ବା ଉଇକିପାଠାଗାର ଉଇକିମିଡ଼ିଆ ଫାଉଣ୍ଡେସନ ପରିଚାଳିତ ଉଇକିରେ ମୁକ୍ତ ବିଷୟ/ ଲେଖାର ଉତ୍ସଗୁଡ଼ିକୁ ନେଇ ଏକ ଅନଲାଇନ ଡିଜିଟାଲ ପାଠାଗାର । ଭିନ୍ନ ଭିନ୍ନ ଭାଷାରେ ଏହି ଉଇକି ପାଠାଗାର ଉଇକିସୋର୍ସ ପ୍ରକଳ୍ପ ଅଧିନରେ କାର୍ଯ୍ୟ ହେଉଛି । ଏହି ପ୍ରକଳ୍ପର ଲକ୍ଷ୍ୟ ହେଉଛି ମାଗଣା ଲେଖାର ସବୁ ଭାଷାରେ ଏବଂ ଅନୁବାଦରେ ପ୍ରତ୍ୟେକ ରୂପରେ ପରିପ୍ରକାଶ କରିବା । ପ୍ରଥମେ ଦରକାରୀ ଏବଂ ମୂଲ୍ୟବାନ ଐତିହାସିକ ଲେଖାର ଭଣ୍ଡାର ଭାବେ ପ୍ରକୃତରେ କଳ୍ପନା କରାଯାଇଥିଲା (ଏହାର ପ୍ରଥମ ଲେଖା ହେଉଛି Déclaration universelle des Droits de l'Homme), ଏହା ପରେ ଏକ ସାଧାରଣ ବିଷୟ ଧାରଣ କରୁଥିବା ପାଠାଗାର ଭାବେ ପରିବର୍ଦ୍ଧିତ କରାଯାଇଥିଲା । Project Sourcebergନାମ ଅଧିନରେ ଏହି ପ୍ରକଳ୍ପ ୨୦୦୩ ନଭେମ୍ବର ୨୪ରେ ଆରମ୍ଭ କରାଯାଇଥିଲା । Wikisource ନାମ ପରେ ସେହି ବର୍ଷ ଶେଷ ଆଡ଼କୁ ଦିଆଯାଇଥିଲା ଏବଂ ଏହା ନିଜ ଡୋମେନ ନାମ ସାତ ମାସ ପରେ ପାଇଥିଲା । ଏହା ଜାତୀୟ ଅଭିଲେଖାଗାର ଏବଂ ରେକର୍ଡ଼ ଆଡମିନଷ୍ଟ୍ରେସନକୁ ଆଧାର ଭାବେ ସୂଚାଯାଇଥିଲେ ମଧ୍ୟ ସେତେବେଳେ ଭରସାଯୋଗ୍ୟ ହୋଇନଥିବା କାରଣରୁ ଏହି ପ୍ରକଳ୍ପ ଆଲୋଚନାର ବସ୍ତୁ ହୋଇଥିଲା ।
ଗାଇରୋସ୍କୋପ (ଇଂରାଜୀ: Gyroscope) ହେଉଛି ଏକ ଯନ୍ତ୍ର ଯାହାକି ଅପେକ୍ଷାକୃତ ଓଜନିଆ ଘୂର୍ଣ୍ଣନ ଚକ୍ରି (spinning rotor)ଦ୍ୱାରା ତିଆରି ହୋଇଥାଏ । ଏହା ଚକ୍ରି (rotor)ର କୌଣସି ପ୍ରକାରର ଅକ୍ଷ ପରିବର୍ତ୍ତନକୁ ପ୍ରତିରୋଧ କରେ । ଘୂରୁଥିବା ନଟୁ ଏହାର ଏକ ଉଦାହରଣ ଅଟେ । ଆଧୁନିକ ସମାଜରେ ଏହାର ବହୁତ ବ୍ୟବହାର ପରିଲକ୍ଷିତ ହେଉଛି । ଦ୍ୱିତୀୟ ବିଶ୍ୱଯୁଦ୍ଧ ପରଠାରୁ ଏହାର ବ୍ୟବହର ବିଶେଷ କରି ଉଡାଜାହାଜ, ଜାହାଜ ,ବମ୍ସାଇଟ୍ (Bombsight), କ୍ଷେପଣାସ୍ତ୍ର ଇତ୍ୟାଦି କ୍ଷେତ୍ରରେ ଏହାକୁ ନିୟୋଜିତ କରାଯାଉଛି ।
ଉଦୟଗିରି ଓ ଖଣ୍ଡଗିରି ଗୁମ୍ଫା ଅଧା ପ୍ରକୃତିକ ଓ ଅଧା ମଣିଷଦ୍ୱାରା ତିଆରି ଯାହାର ଐତିହାସିକ, ପୁରାତନ ତତ୍ତ୍ୱ ଓ ଧାର୍ମିକ ଗୁରୁତ୍ତ୍ୱ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱରଠାରେ ଅବସ୍ଥିତ । ଗୁମ୍ଫାଗୁଡିକ ଦୁଇଟି ପାହାଡ଼ ଉଦୟଗିରି ଓ ଖଣ୍ଡଗିରିରେ ରହିଛି ଯାହା ହାତୀଗୁମ୍ଫାର ଶିଳାଲେଖରେ କୁମାରୀ ପର୍ବତ ନାମରେ ମଧ୍ୟ ଜଣା ଓ ଏହି ଦୁଇ ପାହାଡ଼ ଉଭୟଙ୍କ ଆଡକୁ ମୁଁହାଇ ରାସ୍ତାର ଦୁଇ ପାଖରେ ଅଛନ୍ତି ।ଖଣ୍ଡଗିରିରେ ୧୫ଟି ଗୁମ୍ଫା ଥିବାବେଳେ ଉଦୟଗିରିରେ ୧୮ଟି ଗୁମ୍ଫା ରହିଛି । ହାତୀ ଗୁମ୍ଫା ନିକଟରେ ବାରଭୁଜା ଦେବୀଙ୍କର ଏକ ମନ୍ଦିର ଅଛି।