ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ସରସ୍ୱତୀ ପୂଜା ମାଘମାସ ଶୁକ୍ଳପକ୍ଷ ପଞ୍ଚମୀତିଥି ଦିନ ପାଳନ କରାଯାଏ । ବିଦ୍ୟାପ୍ରାପ୍ତି ନିମିତ୍ତ ବିଦ୍ୟାର ଅଧିଷ୍ଠାତ୍ରୀ ଦେବୀ ବିଦ୍ୟାଦାୟିନୀ, ହଂସବାହିନୀ, ବୀଣା ପୁସ୍ତକ ଧାରିଣୀ ଦେବୀ ସରସ୍ୱତୀଙ୍କର ପୂଜା ଓ ଆରାଧନା ଏଇ ଦିନ ମୁଖ୍ୟତଃ ଶିକ୍ଷାନୁଷ୍ଠାନରେ କରାଯାଏ । ଛାତ୍ରଛାତ୍ରୀମାନେ ପୂଜାମଣ୍ଡପକୁ ଅତି ମନୋରମ ଭାବେ ସଜାଇ ଥାଆନ୍ତି । ମାତା ସରସ୍ୱତୀଙ୍କର ପୂଜା ଓ ପୁଷ୍ପାଞ୍ଜଳୀ ଦେବା ପର୍ଯ୍ୟନ୍ତ ସେମାନେ ଉପବାସ ରଖିଥାନ୍ତି । ଏଇ ଦିନ ପିଲାମାନେ ଦେବୀ ସରସ୍ୱତୀଙ୍କର ଆଶୀର୍ବାଦ ପ୍ରାପ୍ତି ନିମିତ୍ତ ସେମାନଙ୍କର ପାଠ୍ୟପୁସ୍ତକ ଓ କଲମ ଆଦିକୁ ମାତାଙ୍କ ପାଖରେ ସମର୍ପଣ କରିଥାନ୍ତି ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
କଳାହାଣ୍ଡି (ଆଞ୍ଚଳିକ ଭାଷାରେ କଳାହାନି ମଧ୍ୟ କୁହାଯାଇଥାଏ) ଓଡ଼ିଶାର ପଶ୍ଚିମାଞ୍ଚଳରେ ଅବସ୍ଥିତ ଏକ ଜିଲ୍ଲା । ଏହା ଏକ ପୁରାତନ ସଭ୍ୟତାର ମୂଳକେନ୍ଦ୍ର ଭାବରେ ବିବେଚିତ । ପ୍ରତ୍ନତତ୍ତ୍ୱ ପ୍ରମାଣ ଅନୁସାରେ ଏଠାରେ ପ୍ରସ୍ତର ଯୁଗ ଓ ଲୌହ ଯୁଗର ମାନବ ବସତିର ସୂଚନା ମିଳିଥାଏ ।ଅସୁରଗଡ଼ଠାରେ ୨୦୦୦ ବର୍ଷ ଆଗରୁ ଏକ ଉନ୍ନତ ଓ ସଭ୍ୟ ସହର ଜନ ବସତି ଥିବା ଜଣାଯାଏ ।ଆଗ କାଳରେ ଏହା ମହାକାନ୍ତର (ଅର୍ଥ ବିଶାଳ ଜଙ୍ଗଲ) ଓ କାରୁଣ୍ଡା ମଣ୍ଡଳ (କାରୁଣ୍ଡାର ଅର୍ଥ ମାଣିକ) ଭାବରେ ଜଣା ଥିଲା ଯାହା ଏଠାରେ ମାଣିକ, ଲାଲ ପଥର, ବେରୁଜ, ନୀଲମ, ଓ ଆଲେକଜାଣ୍ଡ୍ରା ଆଦି ମିଳୁଥିବାର ଜଣାଯାଏ । ମାଣିକେଶ୍ୱରୀ (ମାଣିକର ଠାକୁରାଣୀ) କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ଯାହାଙ୍କ ଉପସ୍ଥିତି ଏହି ଜିଲ୍ଲାର ଇତିହାସ ସହ ଯୋଡ଼ା । ଏହା ଫିରିଙ୍ଗି ଶାସନ କାଳରେ ଏକ ରାଜ ଶାସନାଧୀନ ରାଜ୍ୟ ଥିଲା ଓ କଳାହାଣ୍ଡି ଜିଲା "କଳାହାଣ୍ଡି" ଓ ନୂଆପଡ଼ାକୁ ନେଇ ତିଆରି ହୋଇଥିଲା । ୧୯୬୭ରେ, ଶାସନର ସୁବିଧା ନିମନ୍ତେ କଳାହାଣ୍ଡିର କାଶୀପୁର ବ୍ଲକ ରାୟଗଡ଼ା ଜିଲ୍ଲାକୁ ସ୍ଥାନାନ୍ତର କରାଗଲା । ୧୯୮୦ରେ, କଳାହାଣ୍ଡିର ନାମ ପଛୁଆ ଓ ଅନାହାର ମୃତ୍ୟୁ ସହ ଯୋଡ଼ାଗଲା । ତେବେ ଏସବୁ ସତ୍ତ୍ୱେ ବି ଇତିହାସ, ଚାଷ ବାସ, ବନ ସମ୍ବଳ, ମୁଲ୍ୟବାନ ପଥର, ବକ୍ସାଇଟ, ଲୋକନାଟ, ହାତକାମ ଓ କଳାରେ ଏହା ଏକ ସମୃଦ୍ଧ ଜିଲ୍ଲା । ୧୯୯୩ରେ, ନୂଆପଡ଼ା ସଦର ମହକୁମା ଏକ ଅଲଗା ଜିଲ୍ଲା ଭାବରେ ଗଢ଼ାଗଲା, କିନ୍ତୁ କଳାହାଣ୍ଡି ଲୋକ ସଭା ନିର୍ବାଚନ ମଣ୍ଡଳୀରେ ଏବେ ଯାଏଁ ବି କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲା ଅଛି।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନ ଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବ ଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ଗୋପାଳ ଚନ୍ଦ୍ର ପ୍ରହରାଜ (୧୮୭୪-୧୯୪୫) ଜଣେ ଖ୍ୟାତନାମା ଓଡ଼ିଆ ଭାଷାବିଦ, ଲେଖକ ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ଏକ ସମ୍ଭ୍ରାନ୍ତ ଜମିଦାର ବ୍ରାହ୍ମଣ ପରିବାରରେ ହୋଇଥିଲା । ପେଷାରେ ଜଣେ ଓକିଲ ହୋଇଥିଲେ ମଧ୍ୟ ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ମକର ସଂକ୍ରାନ୍ତି ଏକ ସର୍ବ ଭାରତୀୟ ପର୍ବ । ଏହି ପର୍ବକୁ ସମସ୍ତେ ଉତ୍ସାହର ସହିତ ପାଳନ କରନ୍ତି । ଭାରତ ବାହାରେ ରୋମାନ ଓ ଇହୁଦୀମାନେ ମଧ୍ୟ ଏହିପର୍ବ ପାଳନ କରନ୍ତି । ଭାରତର ବିଭିନ୍ନ ଅଞ୍ଚଳ ଅପେକ୍ଷା ଦକ୍ଷିଣ ଭାରତରେ ଏହା ସବୁଠାରୁ ବଡ଼ ପର୍ବ । ଦକ୍ଷିଣରେ ଏହାକୁ ପୋଙ୍ଗଲ ବୋଲି କହନ୍ତି । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରିଥାନ୍ତି । ସୌର ଗଣନା ଅନୁସାରେ ମକର ସଂକ୍ରାନ୍ତିକୁ ମକର ମାସର ପ୍ରଥମ ଦିନ ହିସାବରେ ଗ୍ରହଣ କରାଯାଏ । ସଂକ୍ରାନ୍ତି ହେଉଛି ସୂର୍ଯ୍ୟଙ୍କର ସଂକ୍ରମଣ ବା ଗୋଟିଏ ରାଶିରୁ ଅନ୍ୟ ରାଶିକୁ ଚଳନ କରିବାର ଦିନ । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ଧନୁ ରାଶିରୁ ମକର ରାଶିକୁ କ୍ରମଶଃ ଗମନ କରନ୍ତି । ଏହି ଦିନଠାରୁ ସୂର୍ଯଙ୍କର ଉତ୍ତରାୟଣ ଗତି ଆରମ୍ଭ ହୋଇଥାଏ ।
ଏ ଦିଲ୍ ତତେ ଦେଲି, ୨୦୧୯ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଅଖିଳେଶ ବର୍ମା । ନିଲୁ ବକ୍ସ ଏହି କଥାଚିତ୍ରଟିର କାହାଣୀ, ଚିତ୍ରନାଟ୍ୟ ଓ ସଂଳାପ ରଚନା କରିଥିଲେ ଏବଂ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ବିଭାସ ଓ ରିୟାନା ଶୁକ୍ଳା । ମନୀଷା ମିଶ୍ର, ନିଲୁ ବକ୍ସ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ୱବିଦ୍ୟାଳୟରୁ ଏଲ.ଏଲ.ଏମ.
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ବିଦୀର୍ଣ୍ଣ ଜରାୟୁ (ଇଂରାଜୀ ଭାଷାରେ Uterine rupture) ନାମ ଦିଆଯାଏ ଯେତେବେଳେ ଗର୍ଭାବସ୍ଥାରେ ବା ପ୍ରସବ (childbirth) ସମୟରେ ଜରାୟୁର (childbirth) କାନ୍ଥ (wall) ଫାଟିଯାଏ । ସ୍ୱାଭାବିକ ଭାବରେ ଜରାୟୁ ବିଦୀର୍ଣ୍ଣ ହେବାବେଳେ ଅଧିକ ଯନ୍ତ୍ରଣା, ଯୋନୀ ରକ୍ତସ୍ରାବ, ଜରାୟୁର ସଙ୍କୋଚନରେ (contractions) ପରିବର୍ତ୍ତନ ହେଉଥିଲେ ମଧ୍ୟ ସର୍ବଦା ଏହି ଲକ୍ଷଣମାନ ପ୍ରକାଶ ପାଏନାହିଁ । ମାତା ବା ଶିଶୁଙ୍କର ଏହି କାରଣରୁ ବିକଳାଙ୍ଗ ବା ମୃତ୍ୟୁ ହୋଇପାରେ ।ସିଜରିଆନ ସେକସନ ପରେ ଯୋନୀପଥ ପ୍ରସବ (Vaginal birth after cesarean section) ହେଲେ, ଜରାୟୁରେ ସ୍କାର ଥିଲେ, ବାଧାପ୍ରାପ୍ତ ପ୍ରସବ (obstructed labor) ହେଉଥିଲେ, ପ୍ରେରିତ ପ୍ରସବ (induction of labor) କରାଯାଉଥିଲେ, ଆଘାତପ୍ରାପ୍ତ (trauma ଥିଲେ, କୋକେନ ସେବନ କରୁଥିଲେ ଏହି ରୋଗର ସଙ୍କଟ ସୃଷ୍ଟି ହୁଏ । ପ୍ରସବ (labor) ସମୟରେ ବିଦୀର୍ଣ୍ଣ ହେବା ସମ୍ଭାବନା ଥିଲେ ମଧ୍ୟ ଗର୍ଭାବସ୍ଥାରେ ପୁର୍ବରୁ ମଧ୍ୟ ଏହା ହୋଇପାରେ । ପ୍ରସବ ସମୟରେ ଶିଶୁର ହୃଦ୍ଗତି ହାରର ଦୃତ ଅବନତି ହେଲେ ଏହି ରୋଗ ସନ୍ଦେହ କରାଯାଏ । ପୂର୍ବରୁ ଜରାୟୁରେ ଆଘାତ ଦାଗ ବା ସ୍କାର ଥିଲେ ସେହି ପୁରୁଣା ଦାଗ ସ୍ଥାନରେ ଜରାୟୁ ଫାଟିଯାଏ (dehiscence) କିନ୍ତୁ ଏହା ଏକ ଅଳ୍ପ ସାଂଘାତିକ ଅବସ୍ଥା ।ଏହି ରୋଗରେ ତୁରନ୍ତ ଅପରେଶନ କରି ରକ୍ତସ୍ରାବ ବନ୍ଦ କରାଯାଏ । ରକ୍ତସ୍ରାବ ନିୟନ୍ତ୍ରଣ ନହୋଇପାରିଲେ ହିସ୍ଟେରେକ୍ଟୋମି (hysterectomy ଅପରେଶନ କରିବା ଆବଶ୍ୟକ ହୁଏ । ଅଧିକ ରକ୍ତସ୍ରାବ ହେଉଥିଲେ ଏହାର ପୁର୍ତ୍ତି ନିମନ୍ତେ ରକ୍ତ ଟ୍ରାନ୍ସଫ୍ୟୁଜନ (Blood transfusion) ଦିଆଯାଏ । ଥରେ ବିଦୀର୍ଣ୍ଣ ଜରାୟୁ ଇତିହାସ ଥିଲେ ପରବର୍ତ୍ତୀ ଗର୍ଭାବସ୍ଥାରେ ସିଜରିଆନ ସେକସନ (C-section) କରିବାକୁ ସୁପାରିସ କରାଯାଏ । ଏକ ନିର୍ଦ୍ଦିଷ୍ଟ ପ୍ରକାରର (technique) ସିଜରିଆନ ସେକସନ ପରେ ବିଦୀର୍ଣ୍ଣ ଜରାୟୁ ହାର ପ୍ରାୟ ୦.୯% ହୁଏ । ଏକାଧିକ ସିଜରିଆନ ସେକସନ ହୋଇଥିଲେ ବା ଅସ୍ୱାଭାବିକ ସିଜରିଆନ ସେକସନ କରାଯାଇଥିଲେ ଏହି ବିଦୀର୍ଣ୍ଣ ଜରାୟୁ ହାର ଅଧିକ ଥାଏ । ଜରାୟୁରେ ଦାଗ ବା ସ୍କାର ଥିଲେ ଯୋନୀପଥ ପ୍ରସବ ଫଳରେ ୧୨,୦୦୦ରେ ଜଣକର ବିଦୀର୍ଣ୍ଣ ଜରାୟୁ ହୁଏ । ଏଥିରେ ଶିଶୁର ମୃତ୍ୟୁ ସଙ୍କଟ ପ୍ରାୟ ୬% । ବିକାଶଶୀଳ ଦେଶମାନଙ୍କରେ (developing world) ଏହି ରୋଗ ହାର ଅଧିକ ଥାଏ ଓ ଫଳାଫଳ ମଧ୍ୟ ନିରୁତ୍ସାହ ଜନକ ହୁଏ ।
ଗଡ୍ସ୍ ଓନ୍ ପିପୁଲ୍, ମହାପ୍ରଭୁ ଜଗନ୍ନାଥଙ୍କ ନବକଳେବର ଉପରେ ଆଧାରିକ ଏକ ଡକୁମେଣ୍ଟାରୀ ଚଳଚ୍ଚିତ୍ର । ଏହି ଚଳଚ୍ଚିତ୍ରଟିର ପ୍ରଯୋଜନା କରିଥିଲେ ଅକ୍ଷୟ କୁମାର ପରିଜା । ଏହି ଚଳଚ୍ଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ନୀଳ ମାଧବ ପଣ୍ଡା । ଏହି ଚଳଚ୍ଚିତ୍ରଟି ଓଡ଼ିଆ, ହିନ୍ଦୀ ଏବଂ ଇଂରାଜୀ ଭାଷାରେ ମୁକ୍ତିଲାଭ କରିଥିଲା । ହିନ୍ଦୀ କଥାଚିତ୍ର ଜଗତର ଅଭିନେତା ଅମିତାଭ ବଚ୍ଚନ ଏହି ଚଳଚ୍ଚିତ୍ରର ଜଣେ କଥାକାର ଭାବରେ କାର୍ଯ୍ୟ କରିଥିଲେ । ଏହି କାର୍ଯ୍ୟ ପାଇଁ ସେ କୌଣସି ପାରିଶ୍ରମିକ ମଧ୍ୟ ନେଇ ନଥିଲେ ।୧୨ ମଇ ୨୦୧୬ରେ ଏହି ଚଳଚ୍ଚିତ୍ରଟି ପ୍ୟାରିସ୍ରେ ଅନୁଷ୍ଠିତ କାନସ୍ ଫିଲ୍ମ ଫେଷ୍ଟିଭାଲରେ ଦେଖାଯାଇଥିଲା । ଏହି ଉତ୍ସବରେ ଓଡ଼ିଶାର ପର୍ଯ୍ୟଟନ ଏବଂ ସଂସ୍କୃତି ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଯୋଗ ଦେଇଥିଲେ । ଏହି ଉତ୍ସବରେ ବିଶ୍ୱସ୍ତରର ଚଳଚ୍ଚିତ୍ର ନିର୍ମାତାଙ୍କୁ ଓଡ଼ିଶାକୁ ସ୍ୱାଗତ କରିଥିଲେ ନିତୀନ ଜୱାଲେ, ଶ୍ରୀ ପଟ୍ଟନାୟକ ଏବଂ ଅଶୋକ ପଣ୍ଡା । ଏହାପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଅପ୍ରେଲ ୨୦୧୬ରରେ ଏହା ଆଇନକ୍ସ, ଭୁବନେଶ୍ୱରରେ ଦେଖାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ରାଜ୍ୟପାଳ ଏସ. ସି.
ଚନ୍ଦ୍ରଗୁପ୍ତ ଓ ବିନ୍ଦୁସାରଙ୍କ ରାଜତ୍ୱ କାଳରେ କଳିଙ୍ଗ ଏକ ଶକ୍ତିଶାଳୀ ଓ ସ୍ୱାଧୀନ ରାଷ୍ଟ୍ର ଥିଲା । କିନ୍ତୁ ଅଶୋକ ରାଜ୍ୟାଭିଷେକର ଅଷ୍ଟମବର୍ଷରେ ଅର୍ଥାତ ଖ୍ରୀ.ପୂ:୨୬୧ରେ କଳିଙ୍ଗ ଆକ୍ରମଣ କରି ଜୟଲାଭ କରିଥିଲେ । ତାଙ୍କର ତ୍ରୟୋଦଶ ଶିଳାନୁଶାସନରେ କଳିଙ୍ଗ ଯୁଦ୍ଧର ରୋମାଞ୍ଚକର ବିଭୀଷିକା ବର୍ଣ୍ଣିତ ହୋଇଛି । ଏହି ଯୁଦ୍ଧରେ ଏକଲକ୍ଷ ଲୋକ ନୀହତ ହୋଇଥିଲେ । ଦେଢ଼ଲକ୍ଷ ଲୋକ ବନ୍ଦୀହୋଇ ଦେଶାନ୍ତରକୁ ପ୍ରେରିତ ହୋଇଥିଲେ ଏବଂ ପ୍ରାୟ ସେହି ସଂଖ୍ୟକ ବ୍ୟକ୍ତି ଯୁଦ୍ଧ ପର ଅବସ୍ଥାରେ ଆହାତ , ରୋଗାକ୍ରାନ୍ତ କିମ୍ବା ବୁଭୁକ୍ଷୁ ହୋଇ ମୃତ୍ୟୁମୂଖରେ ପଡ଼ିଥିଲେ । କଳିଙ୍ଗ ଯୁଦ୍ଧ ବୌଦ୍ଧ ଧର୍ମ ତଥା ପୃଥିବୀର ଇତିହାସରେ ଏକ ଯୁଗାନ୍ତକାରୀ ଘଟଣା । ଏହି ଯୁଦ୍ଧର ଦାରୁଣ ପରିଣତି ଅଶୋକଙ୍କ ମନରେ ଗଭୀର ଦୁଃଖ ଓ ଅନୁତାପ ଜାତ କରିଥିଲା । ହିଂସା ପ୍ରଣୋଦିତ ତରବାରିର ଜୟ ଜୟ ନୁହେଁ, ମାନବ-ହୃଦୟକୁ ଜୟ କରିବା ହିଁ ପ୍ରକୃତ ଜୟ ବୋଲି ଅନୁଭବ କରି ଅଶୋକ ଅସ୍ତ୍ର ପରିତ୍ୟାଗ କଲେ । ଉପଗୁପ୍ତ ନାମକ ଜଣେ ବୌଦ୍ଧ ସନ୍ନ୍ୟାସୀଙ୍କ ସଂସ୍ପର୍ଶରେ ଆସି ଅଶୋକ ବୌଦ୍ଧ ଧର୍ମ ଗ୍ରହଣ କରିଥିଲେ । ଏହା ପରେ ସତ୍ୟ ଓ ଅହିଂସା ବଳରେ ସେ ମାନବ ହୃଦୟକୁ ଜୟ କରିବା ପାଇଁ ଆତ୍ମ ନିୟୋଗ କଲେ । ସେ ନିଜ ବିଜୟ ପରେ ସୁନ୍ଦର ଭାବେ ଗଢି ତୋଳିଲେ ଓ ନିଜ ସାମ୍ରାଜ୍ୟରେ ମିଶେଇ ଥିଲେ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଗୋପାଳ ଛୋଟରାୟ (୧୯୧୬ - ୨୨ ଜାନୁଆରୀ ୨୦୦୩) ଜଣେ ଓଡ଼ିଆ ନାଟ୍ୟକାର । ଓଡ଼ିଶାର ଗୀତିନାଟ୍ୟ, ପାଲା, ଗହନ ଆଦିରେ ସଂସ୍କାର ଆଣିବାରେ ସେ ପ୍ରୟାସ କରିଥିଲେ । ସାଧାରଣ ମଣିଷର ଜୀବନଧାରଣ ଓ ନିତିଦିନିଆ ଚଳଣିକୁ ନେଇ ତାଙ୍କର ନାଟକ ସବୁ ଜୀବନ୍ତ । ସେ ଶତାଧିକ ମଞ୍ଚ ଓ ବେତାର ନାଟକ ଏବଂ ଅନେକ ଚଳଚ୍ଚିତ୍ରରେ ସଂଳାପ ରଚନା କରିଛନ୍ତି । ସେ ମଧ୍ୟ ଅନେକ ହିନ୍ଦୀ, ମରାଠୀ ଓ ଗୁଜରାଟୀର ନାଟକକୁ ଓଡ଼ିଆ ଭାଷାରେ ରୂପାନ୍ତର କରିଛନ୍ତି ।
ଭାରତରେ ପ୍ରଚଳିତ ଶାସ୍ତ୍ରୀୟ ନୃତ୍ୟମାନଙ୍କ ମଧ୍ୟରୁ ଓଡ଼ିଶୀ ନୃତ୍ୟ ଅନ୍ୟତମ । ଏହାର ପରମ୍ପରା ଅତି ପ୍ରାଚୀନ । ଖାରବେଳଙ୍କ ସମୟରେ ଖୋତିତ ରାଣୀଗୁମ୍ଫା,ସ୍ୱର୍ଗପୁରୀ ଓ ମଞ୍ଚପୁରୀ ଗୁମ୍ଫାର ଗାତ୍ରରେ ଦେଖିବାକୁ ମିଳୁଥିବା ନର୍ତ୍ତକୀମାନଙ୍କର ପ୍ରତିମା ତଥା ହାତୀଗୁମ୍ଫା ଅଭିଲେଖରେ ବର୍ଣ୍ଣିତ ନୃତ୍ୟ ଓଡ଼ିଶୀନୃତ୍ୟର ପ୍ରାଚୀନତା ପ୍ରତିପାଦନ କରେ । ଭରତଙ୍କ ନାଟ୍ୟଶାସ୍ତ୍ରରେ ଉଲ୍ଲିଖିତ କଳିଙ୍ଗ ନୃତ୍ୟ ଶୈଳୀ ଓଡ଼ିଶୀ ନୃତ୍ୟର ସ୍ୱାତନ୍ତ୍ରତା ପ୍ରମାଣିତ କରେ । ଭୁବନେଶ୍ୱରର ପର୍ଶୁରାମେଶ୍ୱର ମନ୍ଦିର,ବୈତାଳ ମନ୍ଦିର,ଶିଶିରେଶ୍ୱର ମନ୍ଦିର, ମାର୍କଣ୍ଡେଶ୍ୱର ମନ୍ଦିର,ମୁକ୍ତେଶ୍ୱର ମନ୍ଦିର, ରାଜରାଣୀ ମନ୍ଦିର,ଲିଙ୍ଗରାଜ ମନ୍ଦିର, ମେଘେଶ୍ୱର ମନ୍ଦିର ପ୍ରଭୃତି, ପୁରୀର ଜଗନ୍ନାଥ ମନ୍ଦିର ଏବଂ କୋଣାର୍କ ସୂର୍ଯ୍ୟମନ୍ଦିରର ବର୍ହିଭାଗରେ ଖୋଦିତ ନର୍ତ୍ତକୀ ଓ ନାୟିକାମାନଙ୍କର ଅଙ୍ଗଭଙ୍ଗୀ ଓ ମୁଦ୍ରାରୁ ଓଡ଼ିଶୀ ନୃତ୍ୟର ପରମ୍ପରା ସମୃଦ୍ଧ ହୋଇଥିବା ଜଣାଯାଏ । ପରବର୍ତ୍ତୀ କାଳରେ ଏହି ନୃତ୍ୟ ଦେବଦାସୀ ନୃତ୍ୟ (ମାହାରୀ) ଓ ଗୋଟିପୁଅମାନଙ୍କଦ୍ୱାରା ପରିବେଷିତ ହୋଇ ଆସୁଥିଲା । ଆମଦେଶ ସ୍ୱାଧୀନ ହେବା ପରେ ଏହି ନୃତ୍ୟ ପରମ୍ପରାର ପୁନରୁଦ୍ଧାର କରାଯାଇ ଓଡ଼ିଶୀ ନାମରେ ନାମିତ କରାଗଲା ଓ ଏହା ଶାସ୍ତ୍ରୀୟ ନୃତ୍ୟର ମର୍ଯ୍ୟାଦା ଲାଭ କଲା । ଏହି ଉଦ୍ୟମରେ ସାର୍ଥକତା ଲାଭକରିଥିବା ବ୍ୟକ୍ତିମାନକ ମଧ୍ୟରୁ କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକ, ନୃତ୍ୟଗୁରୁ ପଙ୍କଜଚରଣ ଦାସ, ଦେବପ୍ରସାଦ ଦାସ ଓ କେଳୁଚରଣ ମହାପାତ୍ର ଅନ୍ୟତମ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏହି ଦିନଟିକୁ ସାଧାରଣତନ୍ତ୍ର ଦିବସ ରୂପେ ପାଳନ କରାଯାଏ । ସାଧାରଣତନ୍ତ୍ର ଦିବସରେ ରାଷ୍ଟ୍ରପତି ରାଜଧାନୀ ଦିଲ୍ଲୀର ଲାଲକିଲ୍ଲା ଦୁର୍ଗଠାରେ ଜାତୀୟ ପତାକା ଉତ୍ତୋଳନ କରି ଭାରତୀୟ ସାମରିକ ବାହିନୀ,ଅର୍ଦ୍ଧ ସାମରିକ ବାହିନୀ,ପୁଲିସ ବାହିନୀ ଓ ଦେଶର ବିଭିନ୍ନ ଅଂଚଳରୁ ଆସିଥିବା କ୍ୟାଡେଟ ମାନଙ୍କଠାରୁ ପ୍ୟାରେଡ଼ ଅଭିବାଦନ ଗ୍ରହଣ କରନ୍ତି ।
ଗଡ଼ସ ଓନ ପିପୁଲ (Gods Own People) ହେଉଛି ଓଡ଼ିଶା ରାଜ୍ୟ ପର୍ଯ୍ୟଟନ ବିଭାଗ ପ୍ରସ୍ତୁତ ନବକଳେବର ଉପରେ ଆଧାରିତ ଏକ ପ୍ରାମାଣିକ ବୃତ୍ତଚିତ୍ର । ଅକ୍ଷୟ ପରିଜା ପ୍ରଡକ୍ସନରେ ନିର୍ମିତ ଏହି ଡକୁମେଣ୍ଟାରୀକୁ ପଦ୍ମଶ୍ରୀ ନୀଳମାଧବ ପଣ୍ଡା ନିର୍ଦ୍ଦେଶନା ଦେଇଥିଲେ । ଭୁବନେଶ୍ୱର ସ୍ଥିତ ଆଇନକ୍ସ, ଭବାନୀ ମଲରେ ଏହାର ପ୍ରଥମ ପ୍ରଦର୍ଶନ ହୋଇଥିଲା । ୨୦୧୬ ଏପ୍ରିଲ ୮ରେ ମସିହାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କଦ୍ୱାରା ଏହା ଉନ୍ମୋଚିତ ହୋଇଥିଲା । ଏହି ଚଳଚ୍ଚିତ୍ରର ଦୈର୍ଘ୍ୟ ମାତ୍ର ୭୮ମିନିଟ । ଏଥିରେ ଅମିତାଭ ବଚ୍ଚନଙ୍କ କଣ୍ଠ ସ୍ୱର ମୁଖ୍ୟ ଆକର୍ଷଣ ହେବ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ପୁରୁଷ ହକି ବିଶ୍ୱକପର ୧୪ତମ ସଂସ୍କରଣ ଭୁବନେଶ୍ୱରରେ ସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଟିତ ହୋଇଥିଲା । ଏହି ପ୍ରତିଯୋଗିତା ୨୮ ନଭେମ୍ବରରୁ ୧୬ ଡିସେମ୍ବର ୨୦୧୮ ପର୍ଯ୍ୟନ୍ତ ଚାଲିଥିଲା । ଏହାର ଉଦଘାଟନ ଉତ୍ସବ ୨୭ ନଭେମ୍ବରରେ ଜାକ ଯମକର ସହ ସମାପ୍ତ ହୋଇଛି । ଉଦଘାଟନୀ ଉତ୍ସବରେ ଶାହରୁଖ ଖାନ, ମାଧୁରୀ ଦୀକ୍ଷିତ ଏବଂ ଏ.ଆର ରହମାନ ଯୋଗ ଦେଇଥିଲେ । ଏଥି ସହ ଭାରତର ସବୁଠାରୁ ବଡ଼ ଡ୍ରୋଣ ଉଡାଣ ପ୍ରଦର୍ଶିତ ହୋଇଥିଲା ।
ହନୁ ମାଙ୍କଡ଼ ବା ହନୁମାନ ଲଂଗୁର୍ ଭାରତୀୟ ଉପମହାଦ୍ୱୀପରେ ସର୍ବବ୍ୟାପ୍ତ ବାନର ପ୍ରଜାତି ଓ ଆଦି ବାନରମାନଙ୍କ ମଧ୍ୟରୁ ଅନ୍ୟତମ । ଏମାନଙ୍କ ପ୍ରଜାତିର ଜୀବବିଜ୍ଞାନ ନାମ ହେଲା Semnopithecus, ଯାହା ଗ୍ରୀକ୍ ଶବ୍ଦ σεμνός (semnós ଅର୍ଥାତ୍ -ପବିତ୍ର) ଓ πίθηκος (píthēkos ଅର୍ଥାତ୍ - ବାନର)ର ସମ୍ମିଶ୍ରଣରୁ ସୃଷ୍ଟ । ଏମାନଙ୍କ ସମସ୍ତ ପ୍ରଜାତି Semnopithecus entellus ମୁଖ୍ୟ ପ୍ରଜାତିର ଅଂଶ ଭାବେ ପରିଗଣିତ ହୁଅନ୍ତି । ୨୦୦୧ ମସିହାରେ ପୂର୍ବରୁ ଆବିଷ୍କୃତ କିଛି ଭିନ୍ନ ଭିନ୍ନ ଉପ-ପ୍ରଜାତିଙ୍କୁ ପ୍ରଜାତି ଭାବେ ଗଣନା କରାଯିବାରୁ ୭ଟି ଭିନ୍ନ ପ୍ରଜାତିର ସୃଷ୍ଟି ହେଲା । ଅଳ୍ପ ଉପ-ପ୍ରଜାତି ବିଶିଷ୍ଟ ଆଉ ଏକ ପ୍ରସ୍ତାବିତ ଶ୍ରେଣୀ ବିଭାଗ ମଧ୍ୟ ରହିଛି । Trachypithecus ପ୍ରଜାତିର ଉପ-ପ୍ରଜାତି ଭାବେ ପରିଗଣିତ ନୀଳଗିରି ହନୁ ମାଙ୍କଡ଼ ଓ ବାଇଗଣୀମୁହାଁ ହନୁ ମାଙ୍କଡ଼ ପ୍ରକୃତରେ Semnopithecus ପ୍ରଜାତିର ବୋଲି ଜେନେଟିକ୍ ପ୍ରମାଣ ମିଳିଛି । ହନୁ ମାଙ୍କଡ଼ମାନେ ପ୍ରାୟତଃ ପାଉଁଶିଆ ବା ଧୁସରିଆ ରଙ୍ଗର । ଖାଦ୍ୟ ପାଇଁ ହନୁ ମାଙ୍କଡ଼ ଦଳ ଏକ ନିର୍ଦ୍ଦିଷ୍ଟ ଇଲାକାର ନିୟନ୍ତ୍ରଣ କରନ୍ତି । ଭାରତୀୟ ଉପମହାଦ୍ୱୀପରେ ଏମାନେ ଘଞ୍ଚ ଜଙ୍ଗଲ, ପତଳା ଜଙ୍ଗଲ; ଏପରିକି ସହର ଆଖାପାଖି ଅଞ୍ଚଳରେ ମଧ୍ୟ ବସବାସ କରନ୍ତି । ଅଧିକାଂଶ ସ୍ଥାନରେ ହନୁ ମାଙ୍କଡ଼ମାନେ ସମୁଦ୍ର ପତନରୁ ନିମ୍ନ-ମଧ୍ୟମ ଉଚ୍ଚତାରେ ରହୁଥିବା ବେଳେ, ହିମାଳୟ ଅଞ୍ଚଳରେ ନେପାଳୀ ହନୁ ମାଙ୍କଡ଼ ଓ କାଶ୍ମୀରୀ ହନୁ ମାଙ୍କଡ଼ ପ୍ରାୟ ୪୦୦୦ ମିଟର୍ (୧୩୦୦୦ ଫୁଟ୍) ଉଚ୍ଚତା ପର୍ଯ୍ୟନ୍ତ ଦେଖାଯାନ୍ତି ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଭୁବନେଶ୍ୱର ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ୱାରା ବିଶେଷ ଆଦୃତ ହୋଇଅଛି ।ଭୁବନେଶ୍ୱର ନାମଟି ଶିବଙ୍କ ଅନ୍ୟନାମ ତ୍ରିଭୁବନେଶ୍ୱର ନାମରୁ ଆସିଅଛି । ଭୁବନେଶ୍ୱର ୩୦୦୦ ବର୍ଷ ଆଗରୁ ମହାମେଘ ବାହନ ଚେଦି ବଂଶଦ୍ୱାରା ଆରମ୍ଭ ହୋଇଥିଲା ଯେଉଁମାନଙ୍କ ରାଜଧାନୀ ବର୍ତ୍ତମାନର ଭୁବନେଶ୍ୱର ପାଖ ଶିଶୁପାଳଗଡ଼ରେ ଥିଲା । ଭୁବନେଶ୍ୱର ତୋଷାଳୀ, କଳିଙ୍ଗ ନଗରୀ, ନଗର କଳିଙ୍ଗ, ଏକାମ୍ର କାନନ, ଏକାମ୍ର କ୍ଷେତ୍ର ଏବଂ ମନ୍ଦିର ମାଳିନୀ ନଗରୀ ନାମରେ ପ୍ରସିଦ୍ଧ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଲକ୍ଷ୍ମୀନାରାୟଣ ସାହୁ (୩ ଅକ୍ଟୋବର ୧୮୯୦ - ୮ ଜାନୁଆରୀ ୧୯୬୩) ଜଣେ ଓଡ଼ିଆ ଲେଖକ, କବି, ସାମ୍ବାଦିକ, ସମାଜସେବୀ, ସଂସ୍କାରକ, ଐତିହାସିକ ଓ ରାଜନୀତିଜ୍ଞ ଥିଲେ ।ବାଲେଶ୍ୱର ନିକଟସ୍ଥ ମଣିଖମ୍ବ ଗ୍ରାମର କ୍ଷେତ୍ରମୋହନ ସାହୁଙ୍କର ସେ ଏକମାତ୍ର ସନ୍ତାନ ଥିଲେ । ସ୍କୁଲ ଶିକ୍ଷା ପରେ ସେ ଏକାଧିକ ବିଷୟରେ ଏମ୍.ଏ. ଓ ଏଲ୍.ଏଲ୍.ବି. ପାସ କରିଥିଲେ । ପୁରୀର ଭିକ୍ଟୋରିଆ କ୍ଳବ ହୋଟେଲରେ ଜଣେ ପରିଚାଳକ ଭାବେ ସେ ନିଜ କର୍ମମୟ ଜୀବନ ଆରମ୍ଭ କରିଥିଲେ । ଅଳ୍ପ କିଛି ଦିନ ପରେ ସେ ଚାକିରି ଛାଡି, ଶିକ୍ଷକତା କରିଥିଲେ । । ସେ ତାଙ୍କର ଜନଜାତି ସମ୍ପର୍କୀୟ ଲେଖା ଯୋଗୁ ଖ୍ୟାତିପ୍ରାପ୍ତ ହୋଇଥିଲେ । ଜନଜାତିଙ୍କର ପୁରୁଷ ପୁରୁଷ ଧରି ଚଳିଆସୁଥିବା ମୂଖନିସୃତ କାହାଣୀରେ ସ୍ୱର୍ଗ, ନର୍କ, ସୃଷ୍ଟି ଓ ମୃତ୍ୟୁ ବିଷୟରେ ସେ ଲେଖିଚାଲିଥିଲେ । ଓଡ଼ିଶାର ଗ୍ରାମ୍ୟ ନାଚ ତଥା ସଙ୍ଗୀତ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ସହ ଓତଃପ୍ରୋତ ଭାବେ ଜଡ଼ିତ ଥିଲେ ଓ ତାହାର ଉନ୍ନତି ଓ ସ୍ଥାୟୀତ୍ୱ ନିମନ୍ତେ କାମ କରିଥିଲେ । ଓଡ଼ିଆ ଛଡା ହିନ୍ଦୀ, ବଙ୍ଗଳା ଓ ସଂସ୍କୃତରେ ମଧ୍ୟ ଲେଖା ଲେଖି କରୁଥିଲେ । ଗଳ୍ପ ମଧ୍ୟରେ ବୀଣା, ସୁଲତା, କଣ୍ଟ୍ରୋଲ ରୁମ୍, କବିତା ମଧ୍ୟରେ ପଶର ଓ ସାମାଜିକ ଗଳ୍ପ ସ୍ପ୍ରିଙ୍ଗ ଅଫ୍ ଦି ସୋଲ୍ ତାଙ୍କୁ ପ୍ରସିଦ୍ଧି ଆଣିଥିଲା । ଓଡ଼ିଆ ଖବରକାଗଜ ସହକାର ଓ ଇଂରାଜୀ ଖବରକାଗଜ ଷ୍ଟାର ଅଫ୍ ଉତ୍କଳରେ ଲେଖୁଥିଲେ । ଅସ୍ପୃଶ୍ୟପ୍ରଥା ଓ ମହିଳାମାନଙ୍କ ଦୁର୍ଗତି ବିରୁଦ୍ଧରେ ସେ ସମାଜ ସଂସ୍କାରକ ଭାବେ କାମ କରୁଥିଲେ । ସେ ଓଡ଼ିଶା ଆସେମ୍ବ୍ଲିକୁ ୧୯୪୭ ମସିହାରେ ନିର୍ବାଚିତ ହୋଇଥିଲେ ଓ ଭାରତର କନ୍ସ୍ଟିଚୁଏଣ୍ଟ ଆସେମ୍ବ୍ଲିର ସେ ସଭ୍ୟ ଥିଲେ । ସେ ତାଙ୍କର ଅଗ୍ନିବର୍ଷୀ ସାରଗର୍ଭକ ଭାଷଣଦ୍ୱାରା ଭାରତର ସମ୍ବିଧାନର ଚିଠା ପ୍ରସ୍ତୁତ ବେଳେ ଯୁକ୍ତି କରି କହିଥିଲେ ଯେ ତାହା ବିପଦଜନକ ଓ ବିପରୀତଧର୍ମୀ ଥିଲା ଯାହାକୁ ବାହାର ନ କଲେ ଭାରତକୁ ଭବିଷ୍ୟତରେ ଖଣ୍ଡ ବିଖଣ୍ଡ କରିଦେବ ଓ ଏହି ଯୁକ୍ତିକୁ ବି.
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ଚର୍ଚ୍ଚିକା ମନ୍ଦିର କଟକ ଜିଲ୍ଲାର, ବାଙ୍କୀ ସହରରେ ଥିବା ଏକ ପ୍ରାଚୀନ ଶକ୍ତି ପୀଠ । ଏହି ଶକ୍ତିପୀଠଟି ରେଣୁକା ନଦୀ କୂଳରେ ଥିବା ଋଚିକ ପର୍ବତରେ ଅବସ୍ଥିତ । ଏହାର ଅଧିଷ୍ଠାତ୍ରୀ ଦେବୀ ହେଉଛନ୍ତି "ମା" ଚର୍ଚ୍ଚିକା ଠାକୁରାଣୀ । ଚର୍ଚ୍ଚିକାଙ୍କ ମୂର୍ତ୍ତିଟି ପର୍ଶୁରାମଙ୍କଦ୍ୱାରା ତିଆରି କରାଯାଇଥିବା ବିଶ୍ୱାସ କରାଯାଏ । ମହାନଦୀ କୂଳରେ ଅଷ୍ଟଭୁଜା ଚାମୁଣ୍ଡା ରୂପରେ ପୂଜା ପାଉଛନ୍ତି ମା’ ଚର୍ଚ୍ଚିକା I ଅଷ୍ଟଭୁଜରେ ମା’ ଧାରଣ କରିଛନ୍ତି ଖଡ୍ଗ, ତ୍ରିଶୂଳ, ସର୍ପ, ଅଙ୍କୁଶ, ଅକ୍ଷମାଳ, ଛିନ୍ନମସ୍ତକ ଓ ଡମ୍ବରୁ I ପୁଣି ଗୋଟିଏ ହାତର କନିଷ୍ଠ ଅଙ୍ଗୁଳିକୁ କାମୁଡ଼ି ଧରିଛନ୍ତି ଦନ୍ତରେ I ତାଙ୍କ ଗ୍ରୀବାରେ ନରମୁଣ୍ଡ ମାଳା ପଡ଼ିଥିବାରୁ ଏବଂ ସେ ଉଲଂଗୀ ହୋଇ ଶବ ଉପରେ ଉପବିଷ୍ଟ ହୋଇଥିବାରୁ ତାଙ୍କୁ ଚାମୁଣ୍ଡା ଭାବେ ଗ୍ରହଣ କରାଯାଇଛି I ମା’ ଚର୍ଚ୍ଚିକାଙ୍କ ପୀଠରେ ମହାଷ୍ଟମୀ ଓ ମହା ନବମୀରେ ବଳି ପରମ୍ପରା ପ୍ରଚଳିତ I ମନ୍ଦିର ବେଢାରେ ପୂଜା ପାଉଥିବା ମା’ ମଙ୍ଗଳାଙ୍କ ନିକଟରେ ପଶୁବଳି ଦିଆଯିବା ପରେ ବଳିପଶୁର କଟାମୁଣ୍ଡ ଓ ରକ୍ତକୁ କିଛି ମାଟି ପାତ୍ରରେ ସଂଗ୍ରହ କରି ଚର୍ଚ୍ଚିକାଙ୍କୁ ଅର୍ପଣ କରାଯାଏ I ରାଜଗୁରୁମାନେ ଏଠାରେ ଶାରଦୀୟ ଷୋଳପୂଜା ସମ୍ପାଦନ କରିଥାନ୍ତି I ଏଠାରେ ଠାକୁରାଣୀଙ୍କ ଗମ୍ଭୀରା ଭିତରକୁ ସର୍ବସାଧାରଣ ପ୍ରବେଶ ସଂପୂର୍ଣ୍ଣ ମନା I କେବଳ ପୁରୀର ଗଜପତି ମହାରାଜା, ବାଙ୍କୀ ରାଜା ଏବଂ ମନ୍ଦିର ସହ ସଂପୃକ୍ତ ସେବାୟତମାନେ ଗମ୍ଭୀରା ଭିତରକୁ ଯାଇଥାନ୍ତି I
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.