ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଶାମ୍ବ ଦଶମୀ ପୌଷ ଶୁକ୍ଳ ଦଶମୀ ଦିନ ପାଳନ କରାଯାଏ । ଶାମ୍ବ ଦଶମୀ ହେଉଛି ସୂର୍ଯ୍ୟପୂଜାର ପର୍ବ, ଯେପରି କୁମାରପୂର୍ଣ୍ଣମୀ ଚନ୍ଦ୍ରପୂଜା ପର୍ବ । ବର୍ଷର ବାରମାସ ଯାକ ବିଭିନ୍ନ ପର୍ବପର୍ବାଣି ପାଳିତ ହେଉଥିଲେ ମଧ୍ୟ ମୁଖ୍ୟତଃ ଶ୍ରାବଣ ଅମାବାସ୍ୟା ଚିତାଲାଗିଠାରୁ ପୌଷ ଶୁକ୍ଳ ଦଶମୀ ଶାମ୍ବଦଶମୀ ମଧ୍ୟରେ ଅଧିକାଂଶ ପର୍ବ ପାଳିତ ହୋଇଥାଏ । ଏହି ସମୟ ମଧ୍ୟରେ ପାଳିତ ହେଉଥିବା ପବପର୍ବାଣିରେ ଏଥିପାଇଁ ଗାଉଁଲୀ ଢଗ ରହିଛି ଯଥା-""ଅଇଲା ଚିତୋଉ ନାନୀ/ ବାରଓଷା ପର୍ବ ସଙ୍ଗରେ ଘେନି, ଶମ୍ବର ଦଶମୀ ଅଲଣାଦାଉ/ ସବୁ ଓଷା ବାର ଏଇଠି ଥାଉ ।"
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ମକର ସଂକ୍ରାନ୍ତି ଏକ ସର୍ବ ଭାରତୀୟ ପର୍ବ । ଏହି ପର୍ବକୁ ସମସ୍ତେ ଉତ୍ସାହର ସହିତ ପାଳନ କରନ୍ତି । ଭାରତ ବାହାରେ ରୋମାନ ଓ ଇହୁଦୀମାନେ ମଧ୍ୟ ଏହିପର୍ବ ପାଳନ କରନ୍ତି । ଭାରତର ବିଭିନ୍ନ ଅଞ୍ଚଳ ଅପେକ୍ଷା ଦକ୍ଷିଣ ଭାରତରେ ଏହା ସବୁଠାରୁ ବଡ଼ ପର୍ବ । ଦକ୍ଷିଣରେ ଏହାକୁ ପୋଙ୍ଗଲ ବୋଲି କହନ୍ତି । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରିଥାନ୍ତି । ସୌର ଗଣନା ଅନୁସାରେ ମକର ସଂକ୍ରାନ୍ତିକୁ ମକର ମାସର ପ୍ରଥମ ଦିନ ହିସାବରେ ଗ୍ରହଣ କରାଯାଏ । ସଂକ୍ରାନ୍ତି ହେଉଛି ସୂର୍ଯ୍ୟଙ୍କର ସଂକ୍ରମଣ ବା ଗୋଟିଏ ରାଶିରୁ ଅନ୍ୟ ରାଶିକୁ ଚଳନ କରିବାର ଦିନ । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ଧନୁ ରାଶିରୁ ମକର ରାଶିକୁ କ୍ରମଶଃ ଗମନ କରନ୍ତି । ଏହି ଦିନଠାରୁ ସୂର୍ଯଙ୍କର ଉତ୍ତରାୟଣ ଗତି ଆରମ୍ଭ ହୋଇଥାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ସୁବାସ ରାଉତ (୧୯୫୬ - ୨୦୧୮) ଜଣେ ଓଡ଼ିଆ କଥାଚିତ୍ର ପ୍ରଯୋଜକ ଏବଂ ରାଜନୀତିଜ୍ଞ ଥିଲେ । ସେ ୧୯୮୮ ମସିହାରେ ଓଡ଼ିଆ କଥାଚିତ୍ର ଜଗତରେ ଚଳଚ୍ଚିତ୍ର ପ୍ରଯୋଜନା କ୍ଷେତ୍ରରେ ପ୍ରବେଶ କରିଥିଲେ ଏବଂ ପରେ ସେ ନିଜେ ସ୍ୱାଧୀନ ଭାବରେ ତାଙ୍କର ପ୍ରଥମ କଥାଚିତ୍ର ଭାଗ୍ୟ ହାତେ ଡୋରି ନିର୍ମାଣ କରିଥିଲେ । ସେ ସମୁଦାୟ ୯ଟି କଥାଚିତ୍ର ପ୍ରଯୋଜନା କରିଥିଲେ ଏବଂ ତାଙ୍କ ପ୍ରଯୋଜିତ ଶେଷ ଚଳଚ୍ଚିତ୍ର ଥିଲା ସନ୍ତାନ, ଯାହାକି ୧୯୯୮ ମସିହାରେ ମୁକ୍ତିଲାଭ କରିଥିଲା । ସୁବାସଙ୍କର ପ୍ରଜୋଜନାରେ ଇ ଟିଭି ଓଡ଼ିଆରେ ପ୍ରସାରିତ ଧାରାବାହିକ ତୁଳସୀ ନିର୍ମିତ ହୋଇଥିଲା ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏହି ଦିନଟିକୁ ସାଧାରଣତନ୍ତ୍ର ଦିବସ ରୂପେ ପାଳନ କରାଯାଏ । ସାଧାରଣତନ୍ତ୍ର ଦିବସରେ ରାଷ୍ଟ୍ରପତି ରାଜଧାନୀ ଦିଲ୍ଲୀର ଲାଲକିଲ୍ଲା ଦୁର୍ଗଠାରେ ଜାତୀୟ ପତାକା ଉତ୍ତୋଳନ କରି ଭାରତୀୟ ସାମରିକ ବାହିନୀ,ଅର୍ଦ୍ଧ ସାମରିକ ବାହିନୀ,ପୁଲିସ ବାହିନୀ ଓ ଦେଶର ବିଭିନ୍ନ ଅଂଚଳରୁ ଆସିଥିବା କ୍ୟାଡେଟ ମାନଙ୍କଠାରୁ ପ୍ୟାରେଡ଼ ଅଭିବାଦନ ଗ୍ରହଣ କରନ୍ତି ।
ରଣଥମ୍ଭୌର ଦୁର୍ଗ (ଈଂରାଜୀରେ Ranthambore Fort ଓ ହିନ୍ଦୀରେ रणथम्भोर दुर्ग) ରନ୍ଥାମ୍ବୋର୍ ଜାତୀୟ ଉଦ୍ୟାନ ପରିସର ମଧ୍ୟରେ ଅବସ୍ଥିତ । ରାଜସ୍ଥାନ ରାଜ୍ୟର ସୱାଇ ମାଧୋପୁର ସହର ନିକଟରେ ଏହି ଦୁର୍ଗର ଅବସ୍ଥିତି । ବ୍ରିଟିଶ୍ ଶାସନରୁ ଭାରତ ସ୍ଵାଧୀନତା ହାସଲ କରିବା ପୂର୍ବରୁ ଜୟପୁର ରାଜ୍ୟର ମହାରାଜାଙ୍କ ପାଇଁ ଏହାର ଆଖାପାଖି ଜଙ୍ଗଲ ରାଜକୀୟ ଶିକାର ଜଙ୍ଗଲ ରୂପେ ବ୍ୟବହୃତ ହେଉଥିଲା । ରାଜସ୍ଥାନର ଇତିହାସରେ ଏହି ଅଭେଦ୍ୟ ଦୁର୍ଗର ଅନେକ ଭୂମିକା ରହିଥିଲା । ୧୩ଶ ଶତାବ୍ଦୀ ପର୍ଯ୍ୟନ୍ତ ଏହି ଦୁର୍ଗ ଚୌହାନ (ଚହମାନ) ବଂଶୀୟ ରାଜାମାନଙ୍କ ଅଧିକାରରେ ରହିଥିଲା ଓ ପରେ ଦିଲ୍ଲୀର ମୋଗଲ ଶାସକମାନେ ଏହାକୁ ଛଡ଼ାଇ ନେଇଥିଲେ ।
ମା’ ରାମଚଣ୍ଡୀ ଖୋର୍ଦ୍ଧା ଠାରୁ ୨୦ କିମି ଦୂର ଗଡମାଣତୀର ଗ୍ରାମ । ଏଠାରେ ଗୋଟେ କିମି ଦୂର ଏକ ଛୋଟ ପାହାଡ ଉପରେ ପ୍ରାୟ ୬୦ ଫୁଟ ଉଚ୍ଚତା ବିଶିଷ୍ଟ କଳା ମୁଗୁନି ଶିଳା ମା ରାମଚଣ୍ଡୀ ପ୍ରତୀକ ରୂପେ ପୂଜା ପାଉଛି । ଏହି ଶିଳାଟି ହଜାରହଜାର ବର୍ଷ ହେବ ସାମନା ପଟକୁ ଢଳି ରହିଛି । କିମ୍ବଦନ୍ତୀ କହେ ୧୬ଶହ ବର୍ଷ ପୂର୍ବେ ମା ପ୍ରଥମେ କନ୍ଧ ସମ୍ପ୍ରଦାୟଦ୍ୱାରା ପୂଜା ପାଉଥିଲେ । ଏବେ ବ୍ରାହ୍ମଣ ପୂଜକ ସହିତ କନ୍ଧଜାନୀ ବଂଶାନୁକ୍ରମିକ ଭାବେ ପୂଜା କରିଆସୁଛନ୍ତି । ଗଡମାଣତୀରର ରାମଚଣ୍ଡୀ,ରଣପୁରର ମଣୀନାଗ,ଓ ଖିଲାମୁଣ୍ଡା,ଲୋଧାଚୁଆଦହିଖାଇ ଓ ଭୁଷଣ୍ଡପୁର ତାରାଦେବୀ ପୀଠରେ କନ୍ଧଜାନୀଙ୍କ ପୂଜା ବହୁ କାଳରୁ ରହିଆସିଛି । ତଳୁ ୭୨ଟି ପାହାଚ ଉଠିଲାପରେ ପଡେ ମାଙ୍କ ଶିଳା । ମା ପିନ୍ଧିଛନ୍ତି କଳାମେଘି ଶାଢୀ,ଦୁଇ ପଟେ ଦୁଇଟି ସିଂହ ମୁର୍ତ୍ତି । ମାଙ୍କ ପାଖରେ ରହିଛି ତେନ୍ତୁଳି ଗଛ । ପ୍ରବାଦ ଅଛି ତେନ୍ତୁଳି ଗଛ ବଢିବା ସହ ମାଙ୍କ ଶିଳା ପଥରର ଲମ୍ବ ବୃଦ୍ଧି ପାଉଥିଲା । ପୂଜା ସମୟରେ ଅସୁବିଧା ହେବାରୁ ଜାନୀଙ୍କ ପ୍ରାର୍ଥନା ଯୋଗୁ ଶିଳା ଓ ତେନ୍ତୁଳି ଗଛ ଉଚତା ନ ବଢି ସୀମିତ ରହିଲା । ଏଠାରେ ଭୋଗ ମଣ୍ଡପ,ଦୋଳ ମଣ୍ଡପ,ଯଜ୍ଞ ମଣ୍ଡପ,ବୈଠକଖାନା ଓ ବାଘ ବଳଦ ସ୍ମୃତି ମନ୍ଦିର ରହିଛି । ବାଘ ବଳଦ ସ୍ମୃତି ମନ୍ଦିରର କିମ୍ବଦନ୍ତୀ କହେ ଥରେ ସେବକ କନ୍ଧଜାନୀଙ୍କ ଗୋଟିଏ ବଳଦକୁ ବାଘ ଖାଇ ଦେବାରୁ ବିଲ ଚାଷକରିବା ବନ୍ଦ ହୋଇଗଲା । ମା ରାମଚଣ୍ଡୀଙ୍କୁ ପାର୍ଥନା ଜଣାଇଲା । ମାଙ୍କ ଆଦେଶ ଅନୁସାରେ ପରଦିନ ସକାଳେ ସେବକ ତାର ଗୋଟେ ବଳଦକୁ ନେଇ ସେଠାରେ ଥିବା ବାଘ ସହ ଲଙ୍ଗଳ ଓ ଜୁଆଳିରେ ଯୋଚି ଚାଷ କରିଥିଲା । ସେଥିପାଇଁ ବାଘ ବଳଦ ସ୍ମୃତି ମନ୍ଦିରରେ ବାମ ପଟେ ବଳଦ ଓ ଡାହାଣ ପଟେ ବାଘ ଜୁଆଳିରେ ଯୋଚାହେବାର ଦୃଶ୍ୟ ରହିଛି । ମାଙ୍କ ଶିଳାପଥରରେ ବାମ ପଟ ତଳକୁ ଏକ କୋରଡ ବା ଗୁମ୍ଫା ଅଛି ତାକୁ ବାଘ ଗୁମ୍ଫାବୋଲି କୁହାଯାଏ । ରାଜ୍ୟସରକାର ୧୯୯୬ ମସିହାରୁ ଏହାକୁ ପର୍ଯଟନ ସ୍ଥଳୀ ଭାବେ ଗ୍ରହଣ କରିଛନ୍ତି ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ୱାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ୱାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ପିଠା ବା ପିପୁଲ୍ସ ଏମ୍ପାଓ୍ୱାରମେଣ୍ଟ ଏନାବ୍ଲିଂ ଟାନ୍ସପରେନ୍ସି ଆଣ୍ଡ ଆକାଉଣ୍ଟେବିଲିଟି ଅଫ ଓଡ଼ିଶା ଇନିସିଏଟିଭ୍ସ(Peoples Empowerment - Enabling Transparency and Accountability of Odisha Initiatives (PEETHA)) ଓଡ଼ିଶା ସରକାରଙ୍କଦ୍ୱାରା ପ୍ରଣୟନ କରା ଯାଇଥିବା ଏକ ଯୋଜନା । ଏହା ଆମ ଗାଁ ଆମ ବିକାଶ ଯୋଜନାର ଏକ ଉପ ଯୋଜନା । ସରକାରୀ ଯୋଜନାର ସ୍ୱଚ୍ଛତା ବଜାୟ ରଖିବା, ଲୋକଙ୍କୁ ସଶକ୍ତ କରିବା, ଏବଂ ସରକାରୀ ଯୋଜନା ଗୁଡିକ ସହ ଲୋକଙ୍କୁ ସୁଚାଇ ରଖିବା ଏହି ଯୋଜନାର ମୂଳ ଲକ୍ଷ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ୱବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ୱର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ୱର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ୱାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ୱତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଆଟ୍ରୋଫିକ ଭାଜିନାଇଟିସ (ଇଂରାଜୀ ଭାଷାରେ Atrophic vaginitis) ଶବ୍ଦ ଯୋନୀପଥର ପ୍ରଦାହକୁ (inflammation of the vagina) ବୁଝାଏ ଯାହା ଏସ୍ଟ୍ରୋଜେନ (estrogen) ଅଭାବରୁ ଯୋନୀପଥ ତନ୍ତୁ ପତଳା ଓ କ୍ଷୟ (tissue thinning) ହେବା ଯୋଗୁ ହୁଏ । ଏହି ରୋଗ ଫଳରେ ଯୌନକ୍ରିୟା (pain with sex) ସମୟରେ କଷ୍ଟ ହୁଏ, ଯୋନୀପଥ ଶୁଷ୍କ ହୋଇ ଗଲୁ ହୁଏ, ପରିସ୍ରା କରିବାକୁ ଇଚ୍ଛା (urge to urinate) ହୁଏ ବା ପରିସ୍ରା କଲାବେଳେ ପୋଡ଼ାଜଳା (burning with urination) ହୁଏ । ବିନା ଚିକିତ୍ସାରେ ଏହା ଉପଶମ ହୁଏନାହିଁ । ରୋଗ ଜଟିଳ ହେଲେ ମୂତ୍ରାଙ୍ଗ ସଂକ୍ରମଣ ହୋଇପାରେ । ମହିଳାମାନଙ୍କର ଋତୁବନ୍ଦ (menopause) ହେବା ପରେ ଶରୀରରେ ଏସ୍ଟ୍ରୋଜେନ ହରମୋନ କମିଯାଏ । ସ୍ତନ୍ୟପାନ (breastfeeding) ସମୟରେ ଓ କେତେକ ଔଷଧ ସେବନ ଯୋଗୁ ମଧ୍ୟ ଏହି ପରିସ୍ଥିତି ସୃଷ୍ଟି ହୁଏ । ଧୁମ୍ରପାନ (smoking) ଏହି ସଙ୍କଟ ଆଣିପାରେ । ଲକ୍ଷଣ ଅନୁସାରେ ଏହି ରୋଗ ନିର୍ଣ୍ଣୟ କରାଯାଇପାରେ । ଯୋନୀପଥରେ ଏସ୍ଟ୍ରୋଜେନ (estrogen cream) ଲଗେଇ ଏହାର ଚିକିତ୍ସା କରାଯାଏ । ଭାଜିନାଲ ଲୁବ୍ରିକାଣ୍ଟ ବା ଯୋନୀପଥ ପିଚ୍ଛିଳକାରୀ (vaginal lubricants) ପଦାର୍ଥ ମଧ୍ୟ ବ୍ୟବହାର କରାଯାଇପାରେ । ସାବୁନ ଓ ଅନ୍ୟାନ୍ୟ ଉତ୍ତେଜକ ପଦାର୍ଥ ବ୍ୟବହାର ନକରିବାକୁ ଉପଦେଶ ଦିଆଯାଏ । ଋତୁବନ୍ଦପ୍ରାପ୍ତ ମହିଳାଙ୍କ ମଧ୍ୟରୁ (Menopause) ପ୍ରାୟ ୫୦% ମହିଳାଙ୍କର ଏହି ରୋଗ ହୁଏ । ଅଧିକାଂଶ ଏହାର ଚିକିତ୍ସା କରାନ୍ତି ନାହିଁ । ଯୌନକ୍ରିୟାରେ ଏମାନେ ଆନନ୍ଦ ଅନୁଭବ କରିପାରନ୍ତି ନାହିଁ ଓ ସାଧାରଣ ଜୀବନଯାତ୍ରା ମଧ୍ୟ ସୁଖପ୍ରଦ ନଥାଏ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ୱାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ୱର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ୱର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ୱାରା ପରିଚାଳିତ ହେଉଛି । ବାମାପଦ ତ୍ରିପାଠୀ ଏବେ ସମାଜର ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ୱବିଦ୍ୟାଳୟରୁ ଏଲ.ଏଲ.ଏମ.
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ନୂଆ ଦିଲ୍ଲୀ ହେଉଛି ଭାରତର ରାଜଧାନୀ ଓ ବୃହତ୍ତମ ମହାନଗର । ୧୯୩୧ ଫେବୃଆରୀ ୧୩ରେ ନୂଆଦିଲ୍ଲୀ ଭାରତର ରାଜଧାନୀ ଭାବେ ଆତ୍ମପରିପ୍ରକାଶ କରିଥିଲା ।୧୯୧୧ ଡିସେମ୍ବର ୧୫ରେ ନୂଆ ରାଜଧାନୀର ଶିଳାନ୍ୟାସ ହୋଇଥିଲା । ବିଂଶ ଶତାବ୍ଦୀର ଦୁଇ ବ୍ରିଟିଶ ସ୍ଥପତି ସାର୍ ହର୍ବର୍ଟ ବ୍ରେକର ଏହାର ମୂଳଦୂଆ ପ୍ରତିଷ୍ଠା କରିଥିଲେ । ୧୯୨୭ରେ ଏହାର ନାମ ନୂଆଦିଲ୍ଲୀ ରଖାଯାଇଥିଲା । ତତକାଳୀନ ବ୍ରିଟିଶ ଇଣ୍ଡିଆର ଭାଇସରୟ ଲର୍ଡ ଇରୱ୍ଇନ ନୂଆ ରାଜଧାନୀର ଶୁଭ ଉଦଘାଟନ କରିଥିଲେ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଲକ୍ଷ୍ମୀନାରାୟଣ ସାହୁ (୩ ଅକ୍ଟୋବର ୧୮୯୦ - ୮ ଜାନୁଆରୀ ୧୯୬୩) ଜଣେ ଓଡ଼ିଆ ଲେଖକ, କବି, ସାମ୍ବାଦିକ, ସମାଜସେବୀ, ସଂସ୍କାରକ, ଐତିହାସିକ ଓ ରାଜନୀତିଜ୍ଞ ଥିଲେ ।ବାଲେଶ୍ୱର ନିକଟସ୍ଥ ମଣିଖମ୍ବ ଗ୍ରାମର କ୍ଷେତ୍ରମୋହନ ସାହୁଙ୍କର ସେ ଏକମାତ୍ର ସନ୍ତାନ ଥିଲେ । ସ୍କୁଲ ଶିକ୍ଷା ପରେ ସେ ଏକାଧିକ ବିଷୟରେ ଏମ୍.ଏ. ଓ ଏଲ୍.ଏଲ୍.ବି. ପାସ କରିଥିଲେ । ପୁରୀର ଭିକ୍ଟୋରିଆ କ୍ଳବ ହୋଟେଲରେ ଜଣେ ପରିଚାଳକ ଭାବେ ସେ ନିଜ କର୍ମମୟ ଜୀବନ ଆରମ୍ଭ କରିଥିଲେ । ଅଳ୍ପ କିଛି ଦିନ ପରେ ସେ ଚାକିରି ଛାଡି, ଶିକ୍ଷକତା କରିଥିଲେ । । ସେ ତାଙ୍କର ଜନଜାତି ସମ୍ପର୍କୀୟ ଲେଖା ଯୋଗୁ ଖ୍ୟାତିପ୍ରାପ୍ତ ହୋଇଥିଲେ । ଜନଜାତିଙ୍କର ପୁରୁଷ ପୁରୁଷ ଧରି ଚଳିଆସୁଥିବା ମୂଖନିସୃତ କାହାଣୀରେ ସ୍ୱର୍ଗ, ନର୍କ, ସୃଷ୍ଟି ଓ ମୃତ୍ୟୁ ବିଷୟରେ ସେ ଲେଖିଚାଲିଥିଲେ । ଓଡ଼ିଶାର ଗ୍ରାମ୍ୟ ନାଚ ତଥା ସଙ୍ଗୀତ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ସହ ଓତଃପ୍ରୋତ ଭାବେ ଜଡ଼ିତ ଥିଲେ ଓ ତାହାର ଉନ୍ନତି ଓ ସ୍ଥାୟୀତ୍ୱ ନିମନ୍ତେ କାମ କରିଥିଲେ । ଓଡ଼ିଆ ଛଡା ହିନ୍ଦୀ, ବଙ୍ଗଳା ଓ ସଂସ୍କୃତରେ ମଧ୍ୟ ଲେଖା ଲେଖି କରୁଥିଲେ । ଗଳ୍ପ ମଧ୍ୟରେ ବୀଣା, ସୁଲତା, କଣ୍ଟ୍ରୋଲ ରୁମ୍, କବିତା ମଧ୍ୟରେ ପଶର ଓ ସାମାଜିକ ଗଳ୍ପ ସ୍ପ୍ରିଙ୍ଗ ଅଫ୍ ଦି ସୋଲ୍ ତାଙ୍କୁ ପ୍ରସିଦ୍ଧି ଆଣିଥିଲା । ଓଡ଼ିଆ ଖବରକାଗଜ ସହକାର ଓ ଇଂରାଜୀ ଖବରକାଗଜ ଷ୍ଟାର ଅଫ୍ ଉତ୍କଳରେ ଲେଖୁଥିଲେ । ଅସ୍ପୃଶ୍ୟପ୍ରଥା ଓ ମହିଳାମାନଙ୍କ ଦୁର୍ଗତି ବିରୁଦ୍ଧରେ ସେ ସମାଜ ସଂସ୍କାରକ ଭାବେ କାମ କରୁଥିଲେ । ସେ ଓଡ଼ିଶା ଆସେମ୍ବ୍ଲିକୁ ୧୯୪୭ ମସିହାରେ ନିର୍ବାଚିତ ହୋଇଥିଲେ ଓ ଭାରତର କନ୍ସ୍ଟିଚୁଏଣ୍ଟ ଆସେମ୍ବ୍ଲିର ସେ ସଭ୍ୟ ଥିଲେ । ସେ ତାଙ୍କର ଅଗ୍ନିବର୍ଷୀ ସାରଗର୍ଭକ ଭାଷଣଦ୍ୱାରା ଭାରତର ସମ୍ବିଧାନର ଚିଠା ପ୍ରସ୍ତୁତ ବେଳେ ଯୁକ୍ତି କରି କହିଥିଲେ ଯେ ତାହା ବିପଦଜନକ ଓ ବିପରୀତଧର୍ମୀ ଥିଲା ଯାହାକୁ ବାହାର ନ କଲେ ଭାରତକୁ ଭବିଷ୍ୟତରେ ଖଣ୍ଡ ବିଖଣ୍ଡ କରିଦେବ ଓ ଏହି ଯୁକ୍ତିକୁ ବି.
ଗୋଟିଏ ସ୍ୱାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ୱାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ୱ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
କମ୍ପୁଟର ସଫ୍ଟୱେର କିମ୍ବା ସଫ୍ଟୱେର, କମ୍ପ୍ୟୁଟର ପ୍ରୋଗ୍ରାମ, ଲାଇବ୍ରେରି ଏବଂ ସେମାନଙ୍କ ସମ୍ବନ୍ଧିତ ନଥିକରଣକୁ ନେଇ ଗଠିତ । "ସଫ୍ଟୱେର" ଶବ୍ଦଟି କେବେ କେବେ ସଙ୍କୁଚିତ ଅର୍ଥରେ ଆପ୍ଲିକେସନ ସଫ୍ଟୱେରକୁ ମଧ୍ୟ ବୁଝାଇଥାଏ । ସଫ୍ଟୱେର କମ୍ପ୍ୟୁଟର ମେମୋରିରେ ସାଇତା ହୋଇ ରହିଥାଏ ଏବଂ ଏହାକୁ କେହି ଛୁଇଁପାରିବେ ନାହିଁ ।ନିମ୍ନତମ ସୋପାନରେ, ଏକ୍ସକ୍ୟୁଟ କରାହୋଇପାରିବା କୋଡ଼ସମୂହ ଏକ ନିର୍ଦ୍ଦିଷ୍ଟ ପ୍ରସେସର– ସାଧାରଣତଃ ଏକ ସେଣ୍ଟ୍ରାଲ ପ୍ରୋସେସିଙ୍ଗ ୟୁନିଟ (ସିପିୟୁ) ସହ ସମ୍ବନ୍ଧିତ ମେସିନ ଲାଙ୍ଗୁଏଜକୁ ନେଇ ଗଠିତ । ଏକ ମେସିନ ଲାଙ୍ଗୁଏଜ ପ୍ରୋସେସର ସୂଚନାକୁ ସୂଚାଉଥିବା ବାଇନାରି ମୂଲ୍ୟକୁ ନେଇ ଗଠିତ ଦଳମାନଙ୍କୁ ନେଇ ତିଆରି । ଏହି ମୂଲ୍ୟସବୁ କମ୍ପ୍ୟୁଟରର ପୂର୍ବ ଅବସ୍ଥାକୁ ବଦଳାଇଥାଏ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଲିନକ୍ସ (ଇଂରାଜୀ:linux) ଅଧିକାଂଶ କ୍ଷେତ୍ରରେ ଇଉନିକ୍ସ(UNIX) ପରି ମନେହୁଏ ଓ ଇଉନିକ୍ସ ପରି ଦେଖାଯାଏ । କିନ୍ତୁ ଲିନକ୍ସ , ଇଉନିକ୍ସ ଅପେକ୍ଷା ନୂଆ ଅଟେ । ଏହାର ଗଠନ ଆରମ୍ଭ ହେଲା ୧୯୯୧ରେ , ଯେତେବେଳେ ଜଣେ ଫିନ୍ (Finnish) ଛାତ୍ର "ଲିନସ ଟରୱାଲଡସ୍" (Linus Torvalds) ଲିନକ୍ସର ଲେଖା ଆରମ୍ଭ କଲେ, ୮୦୩୮୬ ପ୍ରୋସେସର ପାଇଁ ଏକ ଛୋଟିଆ କର୍ନେଲ(Kernel) ଟିଏ ।ବିକାଶର ପ୍ରାରମ୍ଭରୁ ହିଁ , ଲିନକ୍ସର ସୋର୍ସ୍ କୋଡ୍(Sorce Code) ମାଗଣାରେ ଇଣ୍ଟର୍ନେଟରେ ଉପଲବ୍ଧ ହେଉଥିଲା । ତଦ୍ଦ୍ୱାରା ଲିନକ୍ସର ଇତିହାସକୁ ସାରା ବିଶ୍ୱର ବ୍ୟବହାରକାରୀ ପରିପୃଷ୍ଠ କରି ଚାଲିଲେ । ପ୍ରଥମ କର୍ନେଲ, ଯେଉଁଥିରେ ଇଉନିକ୍ସ ସିଷ୍ଟମର ଅଳ୍ପ କିଛି ଅଂଶ ବ୍ୟବହାର କରଯାଇଥିଲା, କ୍ରମେ ଏହା ଇଉନିକ୍ସର ଅନ୍ୟାନ୍ୟ ବହୁତ ବିଭାଗକୁ ମିଶାଇ ଚାଲିଲା ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଭଗବାନ ବିଷ୍ଣୁଙ୍କର ଦଶାବତାର କଥା ଶୁଣିଲେ ଓ ଓଡ଼ିଶୀ ନାଚର ଦଶ ଅବତାର ଭଙ୍ଗୀ ଦେଖିଲେ ବୁଝାପଡ଼େ ମଣିଷ କିପରି ଏ ପୃଥିବୀକୁ ଆସିଲା । ବିବର୍ତ୍ତନବାଦୀମାନେ କହନ୍ତି, ପୃଥିବୀଟା ବହୁ ପୁରାକାଳରେ ଖାଲି ବାଷ୍ପମୟ ଥିଲା । କ୍ରମେ କ୍ରମେ ସେ ବାଷ୍ପରାଶି ଶୀତଳ ହୋଇଯାଇ ନାନାପ୍ରକାର ପଦାର୍ଥ ଓ ରାସାୟନିକ ଦ୍ରବ୍ୟରେ ପରିଣତ ହେଲା । ପାଣି ମଧ୍ୟ ତିଆରି ହେଲା । ସେ ପାଣିରେ ପ୍ରଥମେ ଛୋଟ ଛୋଟ ଜୀବ ଉତ୍ପନ୍ନ ହେଲେ । ସେ ଛୋଟ ଛୋଟ ଜୀବ ନାନା ଘାତ ପ୍ରତିଘାତ ମଧ୍ୟରେ ଯାଇ ଆସ୍ତେ ଆସ୍ତେ ଉନ୍ନତ ଧରଣର ହେଲେ । ପରେ ମାଛମାନଙ୍କର ଆବିର୍ଭାବ ହେଲା । ସେ ମାଛମାନେ କ୍ରମେ କ୍ରମେ ଜଳରୁ ସ୍ଥଳଭାଗକୁ ଆସିଲେ । ତା ପରେ ନାନା ପ୍ରକାର ସରୀସୃପ ବା ସାପ ଜାତୀୟ ଓ ବେଙ୍ଗ ଜାତୀୟ ଜୀବ ସୃଷ୍ଟି ହେଲେ । ସେଥିରୁ କ୍ରମେ କ୍ରମେ ନାନା ପ୍ରକାର ଡାଇନୋସର ଓ ଅନ୍ୟାନ୍ୟ ପ୍ରକାରର ଜୀବ ସୃଷ୍ଟି ହୋଇ ଶେଷରେ ମାଙ୍କଡମାନଙ୍କର ଆବିର୍ଭାବ ହେଲା । ଏସବୁ ହେବାକୁ କୋଟି କୋଟି ବର୍ଷ ଲାଗିଥିଲା ବୋଲି ବୈଜ୍ଞାନିକମାନେ କହନ୍ତି । ତା ପରେ ଆସିଲା ମଣିଷ ।
ଚନ୍ଦ୍ରଗୁପ୍ତ ଓ ବିନ୍ଦୁସାରଙ୍କ ରାଜତ୍ୱ କାଳରେ କଳିଙ୍ଗ ଏକ ଶକ୍ତିଶାଳୀ ଓ ସ୍ୱାଧୀନ ରାଷ୍ଟ୍ର ଥିଲା । କିନ୍ତୁ ଅଶୋକ ରାଜ୍ୟାଭିଷେକର ଅଷ୍ଟମବର୍ଷରେ ଅର୍ଥାତ ଖ୍ରୀ.ପୂ:୨୬୧ରେ କଳିଙ୍ଗ ଆକ୍ରମଣ କରି ଜୟଲାଭ କରିଥିଲେ । ତାଙ୍କର ତ୍ରୟୋଦଶ ଶିଳାନୁଶାସନରେ କଳିଙ୍ଗ ଯୁଦ୍ଧର ରୋମାଞ୍ଚକର ବିଭୀଷିକା ବର୍ଣ୍ଣିତ ହୋଇଛି । ଏହି ଯୁଦ୍ଧରେ ଏକଲକ୍ଷ ଲୋକ ନୀହତ ହୋଇଥିଲେ । ଦେଢ଼ଲକ୍ଷ ଲୋକ ବନ୍ଦୀହୋଇ ଦେଶାନ୍ତରକୁ ପ୍ରେରିତ ହୋଇଥିଲେ ଏବଂ ପ୍ରାୟ ସେହି ସଂଖ୍ୟକ ବ୍ୟକ୍ତି ଯୁଦ୍ଧ ପର ଅବସ୍ଥାରେ ଆହାତ , ରୋଗାକ୍ରାନ୍ତ କିମ୍ବା ବୁଭୁକ୍ଷୁ ହୋଇ ମୃତ୍ୟୁମୂଖରେ ପଡ଼ିଥିଲେ । କଳିଙ୍ଗ ଯୁଦ୍ଧ ବୌଦ୍ଧ ଧର୍ମ ତଥା ପୃଥିବୀର ଇତିହାସରେ ଏକ ଯୁଗାନ୍ତକାରୀ ଘଟଣା । ଏହି ଯୁଦ୍ଧର ଦାରୁଣ ପରିଣତି ଅଶୋକଙ୍କ ମନରେ ଗଭୀର ଦୁଃଖ ଓ ଅନୁତାପ ଜାତ କରିଥିଲା । ହିଂସା ପ୍ରଣୋଦିତ ତରବାରିର ଜୟ ଜୟ ନୁହେଁ, ମାନବ-ହୃଦୟକୁ ଜୟ କରିବା ହିଁ ପ୍ରକୃତ ଜୟ ବୋଲି ଅନୁଭବ କରି ଅଶୋକ ଅସ୍ତ୍ର ପରିତ୍ୟାଗ କଲେ । ଉପଗୁପ୍ତ ନାମକ ଜଣେ ବୌଦ୍ଧ ସନ୍ନ୍ୟାସୀଙ୍କ ସଂସ୍ପର୍ଶରେ ଆସି ଅଶୋକ ବୌଦ୍ଧ ଧର୍ମ ଗ୍ରହଣ କରିଥିଲେ । ଏହା ପରେ ସତ୍ୟ ଓ ଅହିଂସା ବଳରେ ସେ ମାନବ ହୃଦୟକୁ ଜୟ କରିବା ପାଇଁ ଆତ୍ମ ନିୟୋଗ କଲେ । ସେ ନିଜ ବିଜୟ ପରେ ସୁନ୍ଦର ଭାବେ ଗଢି ତୋଳିଲେ ଓ ନିଜ ସାମ୍ରାଜ୍ୟରେ ମିଶେଇ ଥିଲେ।
କୃଷ୍ଣଚରଣ ବେହେରା(୦୨ ଜୁନ ୧୯୩୨ - ୨୯ ଜୁଲାଇ ୨୦୧୭) ଜଣେ ଓଡ଼ିଆ ସାହିତ୍ୟିକ ଥିଲେ । କବିତା, ଗଳ୍ପ, ଉପନ୍ୟାସ, ପ୍ରବନ୍ଧ ଓ ଶିଶୁସାହିତ୍ୟ ଆଦି ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗରେ ସେ ନିଜ ଲେଖନୀ ଚାଳନା କରିଥିଲେ ।କୃଷ୍ଣଚରଣ ୧୯୩୨ମସିହାରେ ଭଦ୍ରକ ଜିଲ୍ଲାର ଅର୍ଜୁନବିନ୍ଧାଠାରେ ଜନ୍ମଗ୍ରହଣ କରିଥିଲେ । ୧୯୫୫ମସିହାରେ ସେ ବିଶ୍ୱଭାରତୀ ବିଶ୍ୱବିଦ୍ୟାଳୟରୁ ସ୍ନାତକତ୍ତୋର ଓ ୧୯୬୭ ମସିହାରେ ଉତ୍କଳ ବିଶ୍ୱବିଦ୍ୟାଳୟରୁ ପିଏଚଡ଼ି ହାସଲ କରିଥିଲେ । ବୃତ୍ତିରେ ଥିଲେ ସେ ଜଣେ ଶିକ୍ଷାବିତ । ସେ ରେଭେନ୍ସା ମହାବିଦ୍ୟାଳୟରେ ଓଡ଼ିଆ ଭାଷାବିଭାଗରେ ଅଧ୍ୟାପକ ଓ ଭଦ୍ରକ ମହିଳା ମହାବିଦ୍ୟାଳୟରେ ଅଧ୍ୟକ୍ଷ ଭାବରେ(୧୯୯୦-୯୨) କାର୍ଯ୍ୟ କରିଥିଲେ । ସେ ଓଡ଼ିଶା ଯୁବ ଲେଖକ ସମ୍ମିଳନର ଅଧ୍ୟକ୍ଷ ଓ ଓଡ଼ିଆ ଗବେଷଣ ପରିଷଦ, କଟକର ପ୍ରତିଷ୍ଠାତା(୧୯୮୦) ଅଧ୍ୟକ୍ଷ ଥିଲେ । ୨୦୧୭ ମସିହା ଜୁଲାଇ ୨୯ତାରିଖରେ ସେ ଇହଲିଳା ସମ୍ବରଣ କରିଥିଲେ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ସୂର୍ଯ୍ୟଙ୍କର ଏକ ରାଶିରୁ ଅନ୍ୟରାଶି ଗମନକୁ ସଂକ୍ରାନ୍ତି କହନ୍ତି । ଅମାବାସ୍ୟା ଓ ପୂର୍ଣ୍ଣିମାକୁ ଧରି ଚନ୍ଦ୍ରଙ୍କ କ୍ଷୟବୃଦ୍ଧି ସହିତ ଚାନ୍ଦମାନ ଓ ସଂକ୍ରାନ୍ତି କଳାରେ ସୌରମାନ ମାସ ଆମର ପଞ୍ଜିକାରେ ଅନ୍ତର୍ଭୁକ୍ତ । ଅମାବାସ୍ୟା ଓ ପୂର୍ଣ୍ଣିମା ଚନ୍ଦ୍ର ଦର୍ଶନ ଯୋଗୁଁ ପ୍ରତ୍ୟକ୍ଷରେ ଉପଲବ୍ଧ କରିହୁଏ; କିନ୍ତୁ ସୂର୍ଯ୍ୟଙ୍କ ଗତି ଯୋଗୁଁ ଦିନ ରାତି ଏବଂ ଋତୁମାନଙ୍କର ପରିବର୍ତ୍ତନ ହୁଏ । ପ୍ରତି ଇଂରାଜୀ ମାସର ତା୧୩ରିଖ ଠାରୁ ତା୧୫ରିଖ ମଧ୍ୟରେ ସୂର୍ଯ୍ୟ ଗୋଟିଏ ରାଶିରୁ ଅନ୍ୟ ଏକ ରାଶିକୁ ଗମନ କରିବା ଯୋଗୁଁ ସୂର୍ଯ୍ୟଙ୍କର ସଂକ୍ରମଣ କ୍ରିୟା ବା ସଂକ୍ରାନ୍ତି ହୁଏ । ତେଣୁ ସୂର୍ଯ୍ୟଙ୍କ ଅୟନ କ୍ରମେ ସେହି ସଂକ୍ରାନ୍ତିଗୁଡିକ ନାମିତ ହୋଇଥାନ୍ତି । ଏହିପରି ସୌରମାନ ମାସଗୁଡ଼ିକୁ ଇଂରାଜୀ ମାସିକ ପଞ୍ଜିକା ଅନୁସାରେ ଗଣନା କରାଯାଏ ।
ଭାଷା ହେଉଛି ଯୋଗାଯୋଗର ଜଟିଳ ପ୍ରଣାଳୀକୁ ଶିଖିବା ଓ ବ୍ୟବହାର କରିବା ପାଇଁ ଥିବା ମନୁଷ୍ୟର ସାମର୍ଥ୍ୟ ଏବଂ ଗୋଟିଏ ଭାଷା ହେଉଛି ଏହି ଜଟିଳ ଯୋଗାଯୋଗ ପ୍ରଣାଳୀର ଏକ ଉଦାହରଣ । ପୃଥିବୀରେ ସର୍ବମୋଟ କେତେ ଭାଷା ଅଛି ଏକଥା ସଠିକ ଭାବେ କହିବା ସମ୍ଭବ ନୁହେଁ ଏବଂ ଏହି ସଂଖ୍ୟା ଭାଷା (language) ଓ ଲୋକଭାଷା (dialects) ମଧ୍ୟରେ ସୂକ୍ଷ୍ମ ପ୍ରଭେଦ ଉପରେ ନିର୍ଭର କରେ । ତଥାପି ଆକଳନ କରାଯାଇଛି ଯେ ଏହି ସଂଖ୍ୟା ୬୦୦୦ରୁ ୭୦୦୦ ହେବ ।
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।ଜଳ ପୃଥିବୀପୃଷ୍ଟରେ ପ୍ରାକୃତିକ ଭାବେ ମିଳେ । ଜଳ ହେଉଛି ଏକମାତ୍ର ବସ୍ତୁ ଯାହା ସାଧାରଣ ତାପମାତ୍ରାରେ ୩ଟି ଅବସ୍ଥାରେ ରହେ । ଜଳର ୪୦ରୁ ଉର୍ଦ୍ଧ୍ୱ ବିଶେଷ ଜଳ ଘନିଭୂତ ହେଲେ ଏହାର ଆୟତନ ପାଖାପାଖି ୯% ବୃଦ୍ଧି ପାଏ ।
ପଦ୍ମପୁରାଣର ପ୍ରାଚୀ ମାହାତ୍ମ୍ୟରେ ଅର୍କ ତୀର୍ଥର ମାହାତ୍ମ୍ୟ ବର୍ଣ୍ଣନା କରାଯାଇଛି I ସେହି ଅର୍କ ତୀର୍ଥ ପରବର୍ତ୍ତୀ କାଳରେ ‘ ଚନ୍ଦ୍ରଭାଗା ତୀର୍ଥ ’ ନାମରେ ପ୍ରସିଦ୍ଧ ହୋଇଛି I ସ୍ୱର୍ଗର ପୁଣ୍ୟତୋୟା ସରସ୍ୱତୀ ମର୍ତ୍ତ୍ୟଲୋକରେ ପ୍ରାଚୀ ନାମରେ ପ୍ରବାହିତ ହୋଇଥିଲେ I ତା’ପରେ ଏହା ଚିତ୍ରୋତ୍ପଳା, କାଦୁଆ ଓ ଶେଷରେ ଚନ୍ଦ୍ରଭାଗା ନାମରେ କୋଣାର୍କ ନିକଟରେ ସମୁଦ୍ରରେ ପଡ଼ିଥିଲା I ଶାମ୍ବ ଏହି ଚନ୍ଦ୍ରଭାଗା ନଦୀକୂଳରେ ସୂର୍ଯ୍ୟ ଉପାସନା କରି କୁଷ୍ଠରୋଗରୁ ମୁକ୍ତିଲାଭ କରିଥିଲେ I ଏହି ଚନ୍ଦ୍ରଭାଗା ନଦୀରେ ସ୍ନାନ କରୁଥିବା ସମୟରେ ଶାମ୍ବ ସୂର୍ଯ୍ୟଙ୍କର ମଣିବିଗ୍ରହ ପାଇଥିଲେ ଏବଂ ସ୍ୱୟଂ ସୂର୍ଯ୍ୟଦେବ ତାଙ୍କର ସେହି ମୂର୍ତ୍ତିକୁ ଚନ୍ଦ୍ରଭାଗା ନଦୀ ତୀରରେ ମନ୍ଦିର ନିର୍ମାଣ ପାଇଁ ଶାମ୍ବଙ୍କୁ ନିର୍ଦ୍ଦେଶ ଦେଇଥିଲେ I ତେଣୁ ପ୍ରାଚୀନ କାଳରୁ ଚନ୍ଦ୍ରଭାଗା ଏକ ପୂଣ୍ୟତୀର୍ଥ ରୂପେ ଖ୍ୟାତି ଅର୍ଜନ କରିଆସିଛି I ସାରଳା ଦାସଙ୍କ ମହାଭାରତର ବନ ପର୍ବରେ ଅର୍କକ୍ଷେତ୍ର ବିଷୟରେ ଉଲ୍ଲେଖ ଅଛି ଯେ ମକର ମାସ ଅର୍ଥାତ ପବିତ୍ର ମାଘ ସପ୍ତମୀ ତିଥିରେ ସୂର୍ଯ୍ୟଦେବ ‘ ଅର୍କ ’ ନାମକ ଏକ ଦୈତ୍ୟକୁ ପାତାଳକୁ ଚାପି ତୀର୍ଥ ଅର୍କତୀର୍ଥ ସୃଷ୍ଟି କରିଥିବାରୁ ପ୍ରତିବର୍ଷ ମାଘ ଶୁକ୍ଳ ସପ୍ତମୀ ଦିନ ଏହିତୀର୍ଥରେ ପବିତ୍ର ସ୍ନାନ ଉତ୍ସବ ଅନୁଷ୍ଠିତ ହୁଏ I ତେଣୁ ‘ କୋଣାର୍କ ’ ସୂର୍ଯ୍ୟକ୍ଷେତ୍ର ନାମରେ ପ୍ରସିଦ୍ଧି ଲାଭ କରିଛନ୍ତି I ତେଣୁ ଏହିଦିନରେ ସୂର୍ଯ୍ୟପୂଜା କରାଯାଏ I ପଦ୍ମ ପୁରାଣରେ ପ୍ରାଚୀ ମହାତ୍ମ୍ୟରେ ବର୍ଣ୍ଣନା କରାଯାଇଛି ଯେ ସୂର୍ଯ୍ୟଦେବ ନିଜର ପାପ ମୋଚନ ନିମନ୍ତେ ଅର୍କତୀର୍ଥରେ ତପସ୍ୟା କରି ମୁକ୍ତିଲାଭ କରିଥିଲେ I ମହାଦେବ ମଧ୍ୟ ଏଠାରେ ତପସ୍ୟା କରି ବ୍ରହ୍ମାଶିର ଛେଦନ ଜନିତ ପାପରୁ ମୁକ୍ତି ପାଇଥିଲେ I ସୂର୍ଯ୍ୟଦେବ ଶିବଙ୍କୁ ଅର୍କ ତୀର୍ଥର ମାହାତ୍ମ୍ୟ ବର୍ଣ୍ଣନା କରି କହିଛନ୍ତି -
ଜୟ ଜବାନ ଜୟ କିଶାନ ଲାଲବାହାଦୁର ଶାସ୍ତ୍ରୀଙ୍କଦ୍ୱାରା ଦିଆଯାଇଥିବା ଏକ ସ୍ଲୋଗାନ ଅଟେ | ୧୯୬୫ ମସିହାରେ ଭାରତର ରାଜଧାନୀ ଦିଲ୍ଲୀର ରାମ୍ଲୀଲା ମୈଦାନ୍ଠାରେ ଏକ ଜନ ସମାବେଶରେ ଲାଲବାହାଦୁର ଶାସ୍ତ୍ରୀ ପ୍ରଥମ ଥର ପାଇଁ ଏହି ସ୍ଲୋଗାନ ଦେଇଥିଲେ । ଜବାହରଲାଲ ନେହେରୁଙ୍କ ପରେ ଲାଲବାହାଦୁର ଶାସ୍ତ୍ରୀ ଭାରତର ପ୍ରଧାନମନ୍ତ୍ରୀ ପଦ ଅଳଙ୍କୃତ କରିଥିଲେ । ତେବେ ଏହି ସମୟରେ ପାକିସ୍ତାନ ଭାରତ ଉପରେ ଆକ୍ରମଣ କରିଥିଲା । ଏହି ସମୟରେ ଦେଶରେ ଖାଦ୍ୟ ଶସ୍ୟର ଘୋର ଅଭାବ ଦେଖାଦେଇଥିଲା । ତେଣୁ ଭାରତକୁ ଖାଦ୍ୟ ଶସ୍ୟ ଆମଦାନୀ କରିବା ପାଇଁ ଅନ୍ୟ ରାଷ୍ଟ୍ର ଉପରେ ନିର୍ଭରଶୀଳ ହେବାକୁ ପଡ଼ିଲା । ଏଭଳି ପରିସ୍ଥିତିରେ ଲାଲବାହାଦୁର ଶାସ୍ତ୍ରୀ ଜୟ ଜବାନ ଜୟ କିଶାନ ସ୍ଲୋଗାନଦ୍ୱାରା ଦେଶକୁ ରକ୍ଷା କରିବା ପାଇଁ ସୈନିକମାନଙ୍କୁ ଆହ୍ୱାନ ଦେବା ସହ ଭାରତର ଖାଦ୍ୟ ଶସ୍ୟ ଆମଦାନୀର ମାତ୍ରାକୁ କମ୍ କରିବା ନିମନ୍ତେ ପାରୁ ପର୍ଯ୍ୟନ୍ତ ଚେଷ୍ଟା କରିବା ପାଇଁ କୃଷକମାନଙ୍କୁ ଉତ୍ସାହିତ କରିବାକୁ ପ୍ରୟାସ କରିଥିଲେ । ସେ ସମୟରେ ଏହା ଏକ ଖୁବ୍ ଲୋକପ୍ରିୟ ସ୍ଲୋଗାନରେ ପରିଣତ ହୋଇଥିଲା ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ୱାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଅଖିଳ ମୋହନ ପଟ୍ଟନାୟକ ଜଣେ ଜଣାଶୁଣା ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।