ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଚୈତନ୍ୟ ପ୍ରସାଦ ମାଝୀ (୧୯ ନଭେମ୍ବର ୧୯୨୯ - ୨୮ ଜାନୁଆରୀ ୨୦୧୯) ଜଣେ ଭାରତୀୟ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନସଭାକୁ ସଂରକ୍ଷିତ ଆସନରୁ ବିଧାୟକ ଭାବରେ ନିର୍ବାଚିତ ହୋଇଥିଲେ ଏବଂ ରାଜ୍ୟ ସଭା ତଥା ଲୋକ ସଭାର ସାଂସଦ ଭାବରେ ନିର୍ବାଚିତ ହୋଇଥିଲେ । ଏଥି ସହିତ ସେ ଶିକ୍ଷା ଓ ଯୁବ କଲ୍ୟାଣ ମନ୍ତ୍ରୀ ଏବଂ ପେଟ୍ରୋଲିୟମ୍ ଓ କେମିକାଲ୍ ବିଭାଗରେ ଉପମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ସେ ମୟୂରଭଞ୍ଜ ଜିଲ୍ଲାର ଜଣେ ଆଦିବାସୀ ନେତା ଥିଲେ ଏବଂ ଆଦିବାସୀ ଭାଷାରେ ସେ କିଛି ପୁସ୍ତକ ରଚନା କରିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
କୁଷ୍ଠ ଏକ ଦୀର୍ଘ ସ୍ଥାୟୀ ରୋଗ ଯାହାକୁ ଇଂରାଜୀରେ ଲେପ୍ରୋସି (Leprosy) ବା ହାନ୍ସେନ୍ ରୋଗ (Hansen’s disease ବା HD) କହନ୍ତି । ମାଇକୋବ୍ୟାକ୍ଟେରିଅମ ଲେପ୍ରି (Mycobacterium leprae) ଓ ମାଇକୋବ୍ୟାକ୍ଟେରିଅମ ଲେପ୍ରୋମାଟୋସିସ (Mycobacterium lepromatosis) ନାମକ ଦୁଇ ପ୍ରକାର ବ୍ୟାକ୍ଟେରିଆଦ୍ୱାରା ଏହି ରୋଗ ହୁଏ । ଏହି ରୋଗ ପ୍ରାରମ୍ଭରେ ଆଦୌ ଲକ୍ଷଣଯୁକ୍ତ ହୁଏ ନାହିଁ ଓ ୫ରୁ ୨୦ ବର୍ଷ ପର୍ଯ୍ୟନ୍ତ ବିନା ଲକ୍ଷଣରେ ରହିପାରେ । ସ୍ନାୟୁ, ଚର୍ମ, ଶ୍ୱାସ ନଳୀ, ଚକ୍ଷୁ ଇତ୍ୟାଦିରେ ଏହି ରୋଗ ଗ୍ରାନୁଲୋମା ଆକାରରେ ଦେଖାଯାଏ । ରୋଗ ପ୍ରଭାବିତ ସ୍ଥାନରେ କୌଣସି ପେନ୍ ବା ଯନ୍ତ୍ରଣା ହୁଏ ନାହିଁ, ଏଣୁ ଉର୍ଦ୍ଧ୍ୱ ଓ ନିମ୍ନ ଅବୟବର ପ୍ରାନ୍ତ ଭାଗ (ପାଦ ଓ ହାତର ଆଙ୍ଗୁଳିମାନ) ପୁନଃ ପୁନଃ କ୍ଷତପ୍ରାପ୍ତ ହୋଇ କ୍ଷୟ ହୋଇଯାଏ । ଦୁର୍ବଳ ଲାଗେ ଓ ଦୃଷ୍ଟିଶକ୍ତି କମିଯାଏ । ବ୍ୟାକ୍ଟେରିଆ ସଂଖ୍ୟା ଅନୁଯାୟୀ କୁଷ୍ଠ ରୋଗର ପଶିବ୍ୟାସିଲାରି ଓ ମଲ୍ଟିବ୍ୟାସିଲାରି ନାମକ ମୁଖ୍ୟତଃ ଦୁଇ ପ୍ରକାର ଉପସ୍ଥାପନା ଦେଖାଯାଏ । ସ୍ୱଳ୍ପ ବର୍ଣ୍ଣକ (poor pigment) ଓ କାଲୁଆ ଚର୍ମ (numb skin) ଥିବା ଛଉ ଉପସ୍ଥିତି ଅନୁସାରେ ଏହି ଦୁଇ ପ୍ରକାର ରୋଗର ଭିନ୍ନତା ଜଣାଯାଏ । ପଶିବ୍ୟାସିଲାରିରେ ୫ ବା ୫ରୁ କମ ଓ ମଲ୍ଟିବ୍ୟାସିଲାରିରେ ୫ରୁ ଅଧିକ ଛଉ ଥାଏ । ଚର୍ମ ବାୟୋପ୍ସି ନେଇ ସେଥିରେ ଏସିଡ-ଫାଷ୍ଟ ବାସିଲାଇ ଉପସ୍ଥିତି ଦେଖି ବା ପଳିମରେଜ ଚେନ ରିଆକ୍ସନ (PCR)ଦ୍ୱାରା ଡି.ଏନ.ଏ.
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଗୀତା ମେହେଟ୍ଟା (୧୯୪୩ରେ ଜନ୍ମ) ଜଣେ ଭାରତୀୟ ଲେଖିକା । ସେ ସ୍ୱାଧୀନତା ସଂଗ୍ରାମୀ ଏବଂ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଝିଅ । ତାଙ୍କ ସାନ ଭାଇ ନବୀନ ପଟ୍ଟନାୟକ ୨୦୦୦ ମସିହାରୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଦାୟିତ୍ୱ ନିର୍ବାହ କରୁଛନ୍ତି । ସେ ଦିଲ୍ଲୀରେ ଜନ୍ମଗ୍ରହଣ କରିଥିଲେ ଓ ଭାରତ ଏବଂ ଇଂଲଣ୍ଡର କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟରୁ, ନିଜର ଶିକ୍ଷା ଗ୍ରହଣ କରିଥିଲେ । ୨୦୧୯ମସିହାରେ ତାଙ୍କୁ ପଦ୍ମଶ୍ରୀ ପୁରସ୍କାର ପାଇଁ ବଛାଯାଇଥିଲା କିନ୍ତୁ ଏହି ପୁରସ୍କାର ଆଗତ ନିର୍ବାଚନକୁ ପ୍ରଭାବିତ କରିପାରେ ଭାବି, ସେ ଏହାକୁ ପ୍ରତ୍ୟାଖାନ କରିଥିଲେ ।ଗୀତା ଇଂଲଣ୍ଡ, ୟୁରୋପ ଏବଂ ଆମେରିକା ପାଇଁ ୧୪ଟି ଦୂରଦର୍ଶନ ପ୍ରାମାଣିକ ଚଳଚ୍ଚିତ୍ରର ନିର୍ମାଣ କରିଥିଲେ । ୧୯୭୦-୧୯୭୧ ମସିହା ମଧ୍ୟରେ ସେ ଆମେରିକା ଦୂରଦର୍ଶନ ଏନ ବି ସି ପାଇଁ ଯୁଦ୍ଧସମ୍ବାଦଦାତା ଭାବରେ କାର୍ଯ୍ୟ କରିଥିଲେ । ତାଙ୍କର ଚଳଚ୍ଚିତ୍ର 'କମ୍ପାଇଲେସନ ଅଫ ଦି ବାଙ୍ଗଲାଦେଶ ରିଭୋଲୁସନ, ଡେଡଲାଇନ ବାଙ୍ଗଲାଦେଶ, ଉଭୟ ଭାରତ ଏବଂ ବିଦେଶର ପ୍ରେକ୍ଷାଳୟରେ ପ୍ରଦର୍ଶିତ ହୋଇଥିଲା । ଆଲଫ୍ରେଡ ଏ.
ମହାସିଦ୍ଧ ପୂର୍ବରୁ ତାଙ୍କ ରଚିତ ଅନେକ ପୋଥିର ନାମ ତେଙ୍ଗୁର ପୋଥିରେ ଦେଖିବାକୁ ମିଳିଥାଏ । ସେ ଓଡ଼ିଶାରେ ଏକ ଓଡ଼ିଆ ପରିବାରରେ ଜନ୍ମଗ୍ରହଣ କରିଥିଲେ । ତରନାଥଙ୍କ ବିବରଣୀରେ ଲିପିବଦ୍ଧ ଅଛି ଯେ ବୁଦ୍ଧ ଦେବ ଭବିଷ୍ୟତ ବାଣୀ କରିଥିଲେ ଯେ କାହ୍ନୁପା ଉରୁବିଷ ବା ଓଡ଼ିଶା ଦେଶରେ ଜନ୍ମଗ୍ରହଣ କରିବେ । କେତେକଙ୍କ ମତରେ କାହ୍ନ ବା କୃଷ୍ଣପାଦ ଜଣେ ବିଶିଷ୍ଟ ବୌଦ୍ଧତାନ୍ତ୍ରିକ ଯୋଗୀ ଥିଲେ ଓ ସେ ସିଦ୍ଧ ଜାଳନ୍ଧରିପାଙ୍କ ଶିଷ୍ୟ ଥିଲେ । ସେ ୭୪ ଖଣ୍ଡ ପୋଥି ରଚନା କରିଥିଲେ ଓ ଜାତିରେ କାୟସ୍ଥ ଥିଲେ । । ତେବେ ସାଧନାମାଳାର ଲେଖକ ଡ.
ଶ୍ରୀନିବାସ ରାମାନୁଜନ FRS ( pronunciation ) (୨୨ ଡିସେମ୍ବର ୧୯୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ ’ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ରାମଚନ୍ଦ୍ର ପ୍ରତିହାରୀ (୧୭ ଜାନୁଆରୀ ୧୯୩୬ - ୨୭ ଜାନୁଆରୀ ୨୦୧୯) ଓଡ଼ିଆ କଥାଚିତ୍ର ଜଗତ ଓ ରଙ୍ଗମଞ୍ଚର ଜଣେ ଜଣାଶୁଣା ଅଭିନେତା ଓ ନିର୍ଦ୍ଦେଶକ ଥିଲେ । ସେ ୨୦୦ରୁ ଅଧିକ ନାଟକରେ ଅଭିନୟ, ୧୦୦ରୁ ଉର୍ଦ୍ଧ୍ୱ ନାଟକରେ ନିର୍ଦ୍ଦେଶନା, ୨୦ରୁ ଉର୍ଦ୍ଧ୍ୱ ଓଡ଼ିଆ କଥାଚିତ୍ର ଓ ଗୋଟିଏ ହିନ୍ଦୀ କଥାଚିତ୍ରରେ ଅଭିନୟ କରିଛନ୍ତି । ସେ ୧୯୫୭ରୁ ଆକାଶବାଣୀର ଜଣେ ସ୍ୱୀକୃତିପ୍ରାପ୍ତ ଅଭିନେତା ଅଟନ୍ତି ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ଅର୍ଜୁନ ସାମଲ (୦୩ ଜୁନ ୧୯୪୧ - ୨୬ ଜାନୁଆରୀ ୨୦୧୯) ଜଣେ ଓଡ଼ିଆ ଗାୟକ ଥିଲେ । ସେ ୧୦୦୦ରୁ ଅଧିକ ଓଡ଼ିଆ ଭଜନ, ଜଣାଣ, ଛାନ୍ଦ, ଚମ୍ପୂ, ଶାସ୍ତ୍ରୀୟ ଓ ପଲ୍ଲୀ ଗୀତ ଗାଇଥିଲେ । ସୁନା ସଂସାର ଆଦି ଓଡ଼ିଆ ଚଳଚ୍ଚିତ୍ରରେ ପ୍ରଚ୍ଚଦପଟ୍ଟ ଗାୟକ ଭାବରେ କାର୍ଯ୍ୟ କରିଥିଲେ । ସେ ଓଡ଼ିଶା ସଂଗୀତ ନାଟକ ଏକାଡେମିର ଅଧ୍ୟକ୍ଷ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ । ବୃତ୍ତିରେ ସେ ଜଣେ ପ୍ରଶାସନିକ ଅଧିକାରୀ ଥିଲେ ।ଅର୍ଜୁନ, ୧୯୪୧ ମସିହାରେ ଯାଜପୁର ଜିଲ୍ଲାର ଚିକଣା ପଞ୍ଚାୟତ ଅନ୍ତର୍ଗତ ବ୍ରାହ୍ମଣୀଗ୍ରାମଠାରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତା ଥିଲେ ସ୍ୱାଧୀନତା ସଂଗ୍ରାମୀ ଭାଗବତ ସାମଲ ଓ ମାତା ଗେହ୍ଲମଣି ସାମଲ । ୧୯୫୮ରେ ଭଦ୍ରକରେ ଅନୁଷ୍ଠିତ ନିଖିଳ ଓଡ଼ିଶା ସଂଗୀତ ସମାରୋହରେ ସେ ହିନ୍ଦୁସ୍ଥାନୀ ଓ ସୁଗମ ସଂଗୀତରେ ପ୍ରଥମ ହୋଇ ଲୋକଲୋଚନକୁ ଆସିଥିଲେ । "କିସ ମୁଁ ଲେଖିବି ଗୋଲାପ କଢ଼ି" ଥିଲା ତାଙ୍କର ପ୍ରଥମ ରେଡ଼ିଓ ଗୀତ । ପରେ ଆକାଶବାଣୀରୁ ଅନ୍ୟ କାର୍ଯ୍ୟକ୍ରମ ଯଥା ସଜଫୁଲ, ପଲ୍ଲୀଗୀତ, ରାଗମଂଜରୀ, ଅତସି କୁସୁମରେ ଗୀତ ଗାଇ ଲୋକାଦ୍ରୁତ ହୋଇଥିଲେ । ସ୍ନାତକତ୍ତୋର ପାଠ ଉପରାନ୍ତେ, ସେ ଓଡ଼ିଶା ସରକାରଙ୍କ ଅର୍ଥ ବିଭାଗର ଅଧିକାରୀଭାବରେ କାର୍ଯ୍ୟ କରୁଥିଲେ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଜୈନଧର୍ମ ଏକ ପ୍ରାଚୀନ ଧର୍ମ ବୋଲି ଐତିହାସିକମାନେ ମତବ୍ୟକ୍ତ କରନ୍ତି । ସମ୍ଭବତଃ ଜୈନଧର୍ମ ହିଁ ବୈଦିକ କର୍ମକାଣ୍ଡ, ଜୀବହତ୍ୟା, ବ୍ୟୟସାପେକ୍ଷ ଯଜ୍ଞାନୁଷ୍ଠାନ , ଜାତିପ୍ରଥା ଆଦିର ବିରୋଧ କରିଥିଲା । ଅଙ୍ଗସୂତ୍ର,ଉପାଙ୍ଗସୂତ୍ର, କଳ୍ପସୂତ୍ର ପ୍ରଭୃତି ଜୈନମାନଙ୍କର ପ୍ରଧାନ ଧର୍ମଗ୍ରନ୍ଥ । ଖ୍ରୀଷ୍ଟପୂର୍ବ ଷଷ୍ଠ ଶତାବ୍ଦୀରେ ବର୍ଦ୍ଧମାନ ମହାବୀର ଜୈନ ଧର୍ମ ପ୍ରଚାର କରିଥିଲେ ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଅଲିମ୍ପିକ ଉପାଧିପତ୍ର ଏକ ପେପର ପ୍ରମାଣ ପତ୍ର ଅଟେ ଯାହା ଅଲିମ୍ପିକ ଖେଳ ପ୍ରତିଯୋଗୀତାରେ ଶୀର୍ଷ ଆଠ ଜଣ ପ୍ରତିଯୋଗୀଙ୍କୁ ଦିଆଯାଇଥାଏ । ୧୮୯୬ ମସିହାରେ ଅଲିମ୍ପିକ ପରେ ଶୀର୍ଷ ତିନି ଜଣ ଫାଇନାଲିଷ୍ଟଙ୍କୁ "ଅଲିମ୍ପିକ ପଦକ" ପ୍ରାପ୍ତ ହୋଇଥିଲା, ୧୯୪୯ ମସିହାରେ ଚତୁର୍ଥ, ପଞ୍ଚମ, ଓ ଷଷ୍ଠ ସ୍ଥାନରେ ସ୍ଥିତ ଖେଳାଳୀଙ୍କ ପାଇଁ ଉପାଧିପତ୍ର ସ୍ଥାପିତ କରାଯାଇଥିଲା ଏବ 1981 ମସିହାରେ ସପ୍ତମ ଓ ଅଷ୍ଟମ ସ୍ଥାନର ଖେଳାଳୀଙ୍କ ପାଇଁ ଉପାଧିପତ୍ର ଯୋଡା ଯାଇଥିଲା ।ଅନ୍ତଃରାଷ୍ଟ୍ରୀୟ ଅଲିମ୍ପିକ ସମିତିର ଅଧ୍ୟକ୍ଷଙ୍କ ହସ୍ତାକ୍ଷର, ପ୍ରତ୍ୟେକ ଅଲିମ୍ପିକ ପାଇଁ ଅଲିମ୍ପିକ ଆୟୋଜନ ସମିତିର ପ୍ରମୁଖଙ୍କ ସହିତ ଅଟୋପେନଙ୍କଦ୍ୱାରା ଉପାଧିପତ୍ର ଲେଖା ହୋଇଛି । ଅଲିମ୍ପିକ ପଦକର ଡିଜାଇନ ସହିତ ଉପାଧିପତ୍ରର ଡିଜାଇନ, ଆଇଓସିଦ୍ୱାରା ଅନୁମୋଦିତ ହେବା ଦରକାର ।ଏକ ଏଥିଲିକ୍ଟ, ଯେପରି ଉପାଧିପତ୍ର ପ୍ରାପ୍ତ ହୋଇଥାଏ ଏବଂ ପରେ ଆଇଓସି କୋଡ ଅଫ ଏଥିକ୍ସର ଉଲଙ୍ଘନ ପାଇଁ ସ୍ୱୀକୃତ କରାଯାଇଥାଏ, ବିଶ୍ୱ ଆଣ୍ଟି-ଡମ୍ପିଙ୍ଗ କୋଡ କିମ୍ବା ଅନ୍ୟ ଚାର୍ଟରର ଉପାଧିପତ୍ରକୁ ଆଇଓସିରେ ଫେରସ୍ତ କରିବାକୁ ପଡିବ ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନ ଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବ ଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ହନୁ ମାଙ୍କଡ଼ ବା ହନୁମାନ ଲଂଗୁର୍ ଭାରତୀୟ ଉପମହାଦ୍ୱୀପରେ ସର୍ବବ୍ୟାପ୍ତ ବାନର ପ୍ରଜାତି ଓ ଆଦି ବାନରମାନଙ୍କ ମଧ୍ୟରୁ ଅନ୍ୟତମ । ଏମାନଙ୍କ ପ୍ରଜାତିର ଜୀବବିଜ୍ଞାନ ନାମ ହେଲା Semnopithecus, ଯାହା ଗ୍ରୀକ୍ ଶବ୍ଦ σεμνός (semnós ଅର୍ଥାତ୍ -ପବିତ୍ର) ଓ πίθηκος (píthēkos ଅର୍ଥାତ୍ - ବାନର)ର ସମ୍ମିଶ୍ରଣରୁ ସୃଷ୍ଟ । ଏମାନଙ୍କ ସମସ୍ତ ପ୍ରଜାତି Semnopithecus entellus ମୁଖ୍ୟ ପ୍ରଜାତିର ଅଂଶ ଭାବେ ପରିଗଣିତ ହୁଅନ୍ତି । ୨୦୦୧ ମସିହାରେ ପୂର୍ବରୁ ଆବିଷ୍କୃତ କିଛି ଭିନ୍ନ ଭିନ୍ନ ଉପ-ପ୍ରଜାତିଙ୍କୁ ପ୍ରଜାତି ଭାବେ ଗଣନା କରାଯିବାରୁ ୭ଟି ଭିନ୍ନ ପ୍ରଜାତିର ସୃଷ୍ଟି ହେଲା । ଅଳ୍ପ ଉପ-ପ୍ରଜାତି ବିଶିଷ୍ଟ ଆଉ ଏକ ପ୍ରସ୍ତାବିତ ଶ୍ରେଣୀ ବିଭାଗ ମଧ୍ୟ ରହିଛି । Trachypithecus ପ୍ରଜାତିର ଉପ-ପ୍ରଜାତି ଭାବେ ପରିଗଣିତ ନୀଳଗିରି ହନୁ ମାଙ୍କଡ଼ ଓ ବାଇଗଣୀମୁହାଁ ହନୁ ମାଙ୍କଡ଼ ପ୍ରକୃତରେ Semnopithecus ପ୍ରଜାତିର ବୋଲି ଜେନେଟିକ୍ ପ୍ରମାଣ ମିଳିଛି । ହନୁ ମାଙ୍କଡ଼ମାନେ ପ୍ରାୟତଃ ପାଉଁଶିଆ ବା ଧୁସରିଆ ରଙ୍ଗର । ଖାଦ୍ୟ ପାଇଁ ହନୁ ମାଙ୍କଡ଼ ଦଳ ଏକ ନିର୍ଦ୍ଦିଷ୍ଟ ଇଲାକାର ନିୟନ୍ତ୍ରଣ କରନ୍ତି । ଭାରତୀୟ ଉପମହାଦ୍ୱୀପରେ ଏମାନେ ଘଞ୍ଚ ଜଙ୍ଗଲ, ପତଳା ଜଙ୍ଗଲ; ଏପରିକି ସହର ଆଖାପାଖି ଅଞ୍ଚଳରେ ମଧ୍ୟ ବସବାସ କରନ୍ତି । ଅଧିକାଂଶ ସ୍ଥାନରେ ହନୁ ମାଙ୍କଡ଼ମାନେ ସମୁଦ୍ର ପତନରୁ ନିମ୍ନ-ମଧ୍ୟମ ଉଚ୍ଚତାରେ ରହୁଥିବା ବେଳେ, ହିମାଳୟ ଅଞ୍ଚଳରେ ନେପାଳୀ ହନୁ ମାଙ୍କଡ଼ ଓ କାଶ୍ମୀରୀ ହନୁ ମାଙ୍କଡ଼ ପ୍ରାୟ ୪୦୦୦ ମିଟର୍ (୧୩୦୦୦ ଫୁଟ୍) ଉଚ୍ଚତା ପର୍ଯ୍ୟନ୍ତ ଦେଖାଯାନ୍ତି ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ୱବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ଲିନକ୍ସ (ଇଂରାଜୀ:linux) ଅଧିକାଂଶ କ୍ଷେତ୍ରରେ ଇଉନିକ୍ସ(UNIX) ପରି ମନେହୁଏ ଓ ଇଉନିକ୍ସ ପରି ଦେଖାଯାଏ । କିନ୍ତୁ ଲିନକ୍ସ , ଇଉନିକ୍ସ ଅପେକ୍ଷା ନୂଆ ଅଟେ । ଏହାର ଗଠନ ଆରମ୍ଭ ହେଲା ୧୯୯୧ରେ , ଯେତେବେଳେ ଜଣେ ଫିନ୍ (Finnish) ଛାତ୍ର "ଲିନସ ଟରୱାଲଡସ୍" (Linus Torvalds) ଲିନକ୍ସର ଲେଖା ଆରମ୍ଭ କଲେ, ୮୦୩୮୬ ପ୍ରୋସେସର ପାଇଁ ଏକ ଛୋଟିଆ କର୍ନେଲ(Kernel) ଟିଏ ।ବିକାଶର ପ୍ରାରମ୍ଭରୁ ହିଁ , ଲିନକ୍ସର ସୋର୍ସ୍ କୋଡ୍(Sorce Code) ମାଗଣାରେ ଇଣ୍ଟର୍ନେଟରେ ଉପଲବ୍ଧ ହେଉଥିଲା । ତଦ୍ଦ୍ୱାରା ଲିନକ୍ସର ଇତିହାସକୁ ସାରା ବିଶ୍ୱର ବ୍ୟବହାରକାରୀ ପରିପୃଷ୍ଠ କରି ଚାଲିଲେ । ପ୍ରଥମ କର୍ନେଲ, ଯେଉଁଥିରେ ଇଉନିକ୍ସ ସିଷ୍ଟମର ଅଳ୍ପ କିଛି ଅଂଶ ବ୍ୟବହାର କରଯାଇଥିଲା, କ୍ରମେ ଏହା ଇଉନିକ୍ସର ଅନ୍ୟାନ୍ୟ ବହୁତ ବିଭାଗକୁ ମିଶାଇ ଚାଲିଲା ।
ଭୁବନେଶ୍ୱର ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ୱାରା ବିଶେଷ ଆଦୃତ ହୋଇଅଛି ।ଭୁବନେଶ୍ୱର ନାମଟି ଶିବଙ୍କ ଅନ୍ୟନାମ ତ୍ରିଭୁବନେଶ୍ୱର ନାମରୁ ଆସିଅଛି । ଭୁବନେଶ୍ୱର ୩୦୦୦ ବର୍ଷ ଆଗରୁ ମହାମେଘ ବାହନ ଚେଦି ବଂଶଦ୍ୱାରା ଆରମ୍ଭ ହୋଇଥିଲା ଯେଉଁମାନଙ୍କ ରାଜଧାନୀ ବର୍ତ୍ତମାନର ଭୁବନେଶ୍ୱର ପାଖ ଶିଶୁପାଳଗଡ଼ରେ ଥିଲା । ଭୁବନେଶ୍ୱର ତୋଷାଳୀ, କଳିଙ୍ଗ ନଗରୀ, ନଗର କଳିଙ୍ଗ, ଏକାମ୍ର କାନନ, ଏକାମ୍ର କ୍ଷେତ୍ର ଏବଂ ମନ୍ଦିର ମାଳିନୀ ନଗରୀ ନାମରେ ପ୍ରସିଦ୍ଧ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ନରେନ୍ଦ୍ର ଦାମୋଦରଦାସ ମୋଦୀ (ଜନ୍ମ: ୧୭ ସେପ୍ଟେମ୍ବର ୧୯୫୦) ଭାରତର ୧୫ମ ପ୍ରଧାନମନ୍ତ୍ରୀ । ସେ ଭାରତୀୟ ଜନତା ପାର୍ଟିର ଜଣେ ପ୍ରମୁଖ ସଦସ୍ୟ। ସେ ୨୦୧୪ ଲୋକ ସଭା ନିର୍ବାଚନରେ ଭାରତର ପ୍ରମୁଖ ବିପକ୍ଷ ଦଳ ଭାରତୀୟ ଜନତା ପାର୍ଟି ତରଫରୁ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ଗଠବନ୍ଧନର ପ୍ରଧାନମନ୍ତ୍ରୀ ପ୍ରାର୍ଥୀଭାବେ ନିର୍ବାଚନ ଲଢିଥିଲେ ଏବଂ ଉତ୍ତର ପ୍ରଦେଶ ଓ ଗୁଜରାଟରୁ ଯଥାକ୍ରମେ ବାରଣାସୀ ଓ ଭଦୋଦରାରୁ ବିଜୟୀ ହୋଇଥିଲେ । ୧୯୯୮ ମସିହାରେ ଭାରତୀୟ ଜନତା ପାର୍ଟିର ନେତା ଲାଲ କୃଷ୍ଣ ଆଡ଼ଭାନୀଙ୍କଦ୍ୱାରା ଗୁଜରାଟ ଏବଂ ହିମାଚଳ ପ୍ରଦେଶର ନିର୍ବାଚନ ପ୍ରଚାର ପାଇଁ ପସନ୍ଦ କରାଯାଇଥିଲା । ୨୦୦୧ ମସିହାରେ ଗୁଜରାଟର ପୂର୍ବତନ ମୂଖ୍ୟମନ୍ତ୍ରୀ କେଶୁଭାଇ ପଟେଲ ଇସ୍ତଫା ଦେବାପରେ ସେ ମୂଖ୍ୟମନ୍ତ୍ରୀ ଭାବେ ୨୦୦୧ ଅକ୍ଟୋବର ୭ ତାରିଖରେ ଶପଥ ଗ୍ରହଣ କରିଥିଲେ । ପୁନର୍ବାର ୨୦୦୭ ଗୁଜରାଟ ବିଧାନ ସଭା ନିର୍ବାଚନରେ ବିପୁଳ ସମର୍ଥନରେ ବିଜୟୀ ହୋଇ ସେ ତୃତୀୟ ଥର ପାଇଁ ମୂଖ୍ୟମନ୍ତ୍ରୀ ହୋଇଥିଲେ । ସେ ଉଭୟ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଜଣେ ବିବାଦୀୟ ବ୍ୟକ୍ତି। ଷାଠିଏ ଦଶକର ମଧ୍ୟ ଭାଗରେ ଭାରତ ପାକିସ୍ତାନ ଯୁଦ୍ଧ ସମୟରେ କିଶୋର ଅବସ୍ଥାରେ ଥାଇ ସୁଦ୍ଧା ସେ ସ୍ୱେଚ୍ଛାକୃତ ଭାବରେ ରେଳ ଷ୍ଟେସନରେ ରହିଥିବା ସୈନିକ ମାନଙ୍କୁ ସେବା ଯୋଗାଇ ଦେଇଥିଲେ। ୧୯୬୭ରେ ସେ ଗୁଜରାଟରେ ବନ୍ୟା ପ୍ରଭାବିତ ଅଞ୍ଚଳର ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିଥିଲେ। ତାଙ୍କ ମଧ୍ୟରେ ସାଂଗଠନିକ ଦକ୍ଷତା ଭରି ରହିଥିଲା ଏବଂ ସେ ଲୋକମାନଙ୍କର ଭାବାବେଗକୁ ଭଲ ଭାବରେ ବୁଝିପାରୁଥିଲେ। ସେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି)ରେ ଯୋଗ ଦେଇ ସେବା କାର୍ଯ୍ୟ ଆରମ୍ଭ କରିଥିଲେ ଏବଂ ଗୁଜରାଟର ବିଭିନ୍ନ ସାମାଜିକ-ରାଜନୈତିକ ଘଟଣାଗୁଡ଼ିକରେ ଏକ ଗୁରୁତ୍ୱପୂର୍ଣ ଭୂମିକା ନିର୍ବାହ କରିଥିଲେ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ତଥ୍ୟ, ଗୁଣାତ୍ମକ ଓ ପରିଣାତ୍ମକ ପରିବର୍ତ୍ତନଶୀଳ ରାଶିମାନଙ୍କର ସଂଗ୍ରହକୁ ବୁଝାଇଥାଏ | ତଥ୍ୟ ଏବଂ ସୂଚନା ଅନେକ ସମୟରେ ପରସ୍ପର ଜାଗାରେ ବ୍ୟବହୃତ ହୋଇଥାନ୍ତି | ତଥ୍ୟ, ସୂଚନା ଓ ଜ୍ଞାନ ହେଉଛି ପରସ୍ପର ସମ୍ବନ୍ଧୀୟ ଅବଧାରଣା | ତଥ୍ୟ ସାଧାରଣତଃ ଯେ କୌଣସି କ୍ଷେତ୍ରରେ ଗବେଷଣା ପାଇଁ ଉପଯୋଗ ହୋଇଥାଏ | ଏହା ବିଭିନ୍ନ ବୈଜ୍ଞାନିକ ସଂସ୍ଥାନ, ଅନୁଷ୍ଠାନ ଓ ବାଣିଜ୍ୟ କ୍ଷେତ୍ର (ବିକ୍ରି ତଥ୍ୟ, ରାଜସ୍ୱ ତଥ୍ୟ ଓ ବିକ୍ରୟ ପାଇଁ ଗଚ୍ଛିତ ଦ୍ରବ୍ୟର ମୂଲ୍ୟ ) ଇତ୍ୟାଦିରୁ ସଂଗ୍ରହ କରାଯାଇଥାଏ | ହ୍ୟାକିଂଦ୍ୱାରା ତଥ୍ୟ ଚୋରିରେ ବିଶ୍ୱରେ ଭାରତ ଦ୍ୱିତୀୟ ସ୍ଥାନରେ ଅଛି । ପ୍ରଥମ ସ୍ଥାନରେ ଯୁକ୍ତରାଷ୍ଟ୍ର ଆମେରିକା ଅଛି ।
ବିଦ୍ୟୁତପ୍ରଭା ଦେବୀଙ୍କୁ, ଓଡ଼ିଆ ଭାଷାର ଶ୍ରେଷ୍ଠ ମହିଳା କବିମାନଙ୍କ ମଧ୍ୟରେ ପରିଗଣନା କରାଯାଏ । ନିଜ କାବ୍ୟ ସଙ୍କଳନ 'ସଞ୍ଚୟନ' ପାଇଁ, ସେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଲାଭ କରିଛନ୍ତି ।ରେଭେନ୍ସା ବାଳିକା ବିଦ୍ୟାଳୟରେ ମାତ୍ର ନବମ ଶ୍ରେଣୀ ଯାଏଁ ପଢିଥିବା ବିଦ୍ଯୁତପ୍ରଭା ଆପେ ଆପେ ଇଂରାଜୀ, ବଙ୍ଗଳା ଭାଷା,ବ୍ୟାକରଣ ତଥା କବିତା ରଚନାର ବିଭିନ୍ନ ବିଭବ ଶିକ୍ଷାକରିଥିଲେ । ନିଜ ପିତାଙ୍କ ବନ୍ଧୁ କୃଷ୍ଣଚନ୍ଦ୍ର କର, ରାଧାମୋହନ ଗଡ଼ନାୟକ ଓ ମାୟାଧର ମାନସିଂହ ଆଦିଙ୍କଦ୍ୱାରା ପ୍ରଭାବିତ ହୋଇ ୧୯୪୦ ମସିହାରୁ କବିତା ଲେଖିବା ଆରମ୍ଭ କରିଥିଲେ । ନିଜ ବଡ଼ ଭଉଣୀ ବାସନ୍ତି ଦେବୀଙ୍କ ସହ ମିଶି ୧୯୪୯ ମସିହାରେ 'ସବିତା' ନାମରେ ନିଜର ପ୍ରଥମ କାବ୍ୟ ସଙ୍କଳନ ପ୍ରକାଶ କରିଥିଲେ । ବିବାହ ପରେ, ତାଙ୍କ ସ୍ୱାମୀ ପଞ୍ଚାନନ ମହାନ୍ତି ତାଙ୍କୁ ଏ ଦିଗରେ ଉତ୍ସାହିତ କରିଥିଲେ ଏବଂ ତାଙ୍କର କବିତା ରଚନା ଅନବରତ ଚାଲିରହିଥିଲା । ୧୯୫୨ ମସିହାରେ ମାତୃତ୍ୱ ଲାଭ କରିବା ପରେ, ବିଦ୍ୟୁତପ୍ରଭା ଶିଶୁମାନଙ୍କ ପାଇଁ ଲେଖିବା ଆରମ୍ଭ କଲେ ଏବଂ ଖୁବ ଲୋକପ୍ରିୟ ହୋଇପାରିଥିଲେ ଓ ବହୁବାର ପୁରସ୍କୃତ ହୋଇଥିଲେ ।
ମିରଟାଜାପିନ (ଇଂରାଜୀ ଭାଷାରେ Mirtazapine, ଏକ ବିକ୍ରୟ ନାମ ରେମେରନ/ Remeron) ଏକ ଅବସାଦରୋଧୀ (antidepressant) ଔଷଧ ଯାହା ଅବସାଦ ଥିବା ରୋଗୀଙ୍କୁ ଦିଆଯାଏ । ଏହାର ପୂର୍ଣ୍ଣ ପ୍ରଭାବ ଆସିବାକୁ ୪ ସପ୍ତାହରୁ ଅଧିକ ସମୟ ଲାଗେ କିନ୍ତୁ ୨-୩ ସପ୍ତାହ ମଧ୍ୟରେ କିଛି ଉପକାର ଅନୁଭୁତ ହୁଏ । ଅବସାଦ ସହିତ ଉଦ୍ବେଗ ବା ନିଦ୍ରା ସମସ୍ୟା (trouble sleeping) ଥିଲେ ମଧ୍ୟ ଏହା ଦିଆଯାଇପାରେ । ପାଟିରେ (by mouth) ଏହା ଦିଆଯାଏ ।ସାଧାରଣତଃ ଏହାର ପ୍ରତିକ୍ରିୟାରେ ଓଜନ ବୃଦ୍ଧି, ନିଦ୍ରାଳୁ ଭାବ ଓ ମୁଣ୍ଡବୁଲା ହୋଇପାରେ । ପାର୍ଶ୍ୱ ପ୍ରତିକ୍ରିୟା ଜଟିଳ ହେଲେ ପିଲା ଆତ୍ମହତ୍ୟାପ୍ରବଣ ହୁଅନ୍ତି, ମାନିଆ (mania), ଓ ସ୍ୱଳ୍ପ ନିଉଟ୍ରୋଫିଲ (low white blood count) ରକ୍ତରେ ଦେଖାଯାଏ । ଔଷଧ କିଛି କାଳ ଖାଇବା ପରେ ହଟାତ୍ ବନ୍ଦ କରିଦେଲେ ଉଇଥଡ୍ରଆଲ ସିଣ୍ଡ୍ରୋମ ହୁଏ । ମାଓ ଇନହିବିଟର (MAO inhibitor) ସାଥିରେ ଏହା ଦିଆଯାଏନାହିଁ । ଗର୍ଭାବସ୍ଥାରେ ଏହାର ନିରାପତ୍ତା ଅସ୍ପଷ୍ଟ ଅଛି । ଏହାର କାର୍ଯ୍ୟଧାରା ଅସ୍ପଷ୍ଟ ଥିଲେ ମଧ୍ୟ କେତେକ ଆଡ୍ରେନର୍ଜିକ (adrenergic) ଓ ସେରୋଟୋନିନ ରିସେପ୍ଟର (serotonin receptor) ଉପରେ ରିସେପ୍ଟର ଅବରୋଧ (blocking) କରୁଥାଇପାରେ । ଏହା ଏକ ପ୍ରକାର ଟେଟ୍ରାସାଇକ୍ଲିନ ଆଣ୍ଟିଡିପ୍ରେସାଣ୍ଟ (tetracyclic antidepressant/ TeCA).
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ୱର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ୱର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ୱାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ୱତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ବଳଦେବ ରଥ (୧୭୮୯ - ୧୮୪୫) ଗଞ୍ଜାମ ଜିଲ୍ଲାର ଜଣେ ଓଡ଼ିଆ ରୀତି ଯୁଗର କବି । ସେ କବିସୂର୍ଯ୍ୟ ଭାବେ ପରିଚିତ । ଏକାଧାରରେ ଜଣେ କବି ଓ ସଙ୍ଗୀତକାର ଭାବରେ କବିତା, ଚମ୍ପୂ ଆଦିର ରଚନା କରି ସ୍ୱରସଂଯୋଜନା କରିଥିଲେ । ଗଞ୍ଜାମ ଜିଲ୍ଲାର ଢୁମ୍ପା ସଙ୍ଗୀତକୁ କବିସୂର୍ଯ୍ୟ ଆରମ୍ଭ କରିଥିଲେ ଓ ଗୀତ ରଚନା କରିଥିଲେ । ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।