ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ସରସ୍ୱତୀ ପୂଜା ମାଘମାସ ଶୁକ୍ଳପକ୍ଷ ପଞ୍ଚମୀତିଥି ଦିନ ପାଳନ କରାଯାଏ । ବିଦ୍ୟାପ୍ରାପ୍ତି ନିମିତ୍ତ ବିଦ୍ୟାର ଅଧିଷ୍ଠାତ୍ରୀ ଦେବୀ ବିଦ୍ୟାଦାୟିନୀ, ହଂସବାହିନୀ, ବୀଣା ପୁସ୍ତକ ଧାରିଣୀ ଦେବୀ ସରସ୍ୱତୀଙ୍କର ପୂଜା ଓ ଆରାଧନା ଏଇ ଦିନ ମୁଖ୍ୟତଃ ଶିକ୍ଷାନୁଷ୍ଠାନରେ କରାଯାଏ । ଛାତ୍ରଛାତ୍ରୀମାନେ ପୂଜାମଣ୍ଡପକୁ ଅତି ମନୋରମ ଭାବେ ସଜାଇ ଥାଆନ୍ତି । ମାତା ସରସ୍ୱତୀଙ୍କର ପୂଜା ଓ ପୁଷ୍ପାଞ୍ଜଳୀ ଦେବା ପର୍ଯ୍ୟନ୍ତ ସେମାନେ ଉପବାସ ରଖିଥାନ୍ତି । ଏଇ ଦିନ ପିଲାମାନେ ଦେବୀ ସରସ୍ୱତୀଙ୍କର ଆଶୀର୍ବାଦ ପ୍ରାପ୍ତି ନିମିତ୍ତ ସେମାନଙ୍କର ପାଠ୍ୟପୁସ୍ତକ ଓ କଲମ ଆଦିକୁ ମାତାଙ୍କ ପାଖରେ ସମର୍ପଣ କରିଥାନ୍ତି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଦୀପିକା ପାଦୁକୋନ (ଜନ୍ମ: ୫ ଜାନୁଆରୀ ୧୯୮୬) ଜଣେ ଭାରତୀୟ କଥାଚିତ୍ର ଅଭିନେତ୍ରୀ । ଦୀପିକା ୩ଟି ଫିଲ୍ମଫେୟାର ପୁରସ୍କାର ସହ ୬ଟି ଆନ୍ତର୍ଜାତୀୟ ଭାରତୀୟ ଚଳଚ୍ଚିତ୍ର ପୁରସ୍କାର ପାଇଛନ୍ତି । ଦୀପିକା ବ୍ୟାଡମିଣ୍ଟନ ଖେଳାଳି ପ୍ରକାଶ ପାଦୁକୋନଙ୍କର ଝିଅ ହୋଇଥିବାରୁ ଛୋଟବେଳୁ ବ୍ୟାଡମିଣ୍ଟନ ଖେଳୁଥିଲେ ଏବଂ କୈଶୋର ଅବସ୍ଥାରେ ସେ ଜାତୀୟସ୍ତରର ବିଜେତା ମଧ୍ୟ ଥିଲେ । ମାତ୍ର ପରେ ସେ ଖେଳରୁ ଦୂରେଇ ଯାଇ ମଡେଲିଂରେ ଯୋଗ ଦେଇଥିଲେ । ମେଡେଲିଂରେ ଯୋଗଦେବାପରେ ସେ ୨୦୦୬ରେ ପ୍ରଥମ ଚଳଚ୍ଚିତ୍ରରେ ଅଭିନୟ କରିବାର ସୁଯୋଗ ପାଇଥିଲେ । ଦୀପିକାଙ୍କର ପ୍ରଥମ ଚଳଚ୍ଚିତ୍ର ଥିଲା ଏକ କନ୍ନଡ଼ ଚଳଚ୍ଚିତ୍ର ଐଶ୍ୱର୍ଯ୍ୟା । ଏହାପରେ ସେ ୨୦୦୭ରେ ହିନ୍ଦୀ କଥାଚିତ୍ର ଜଗତରେ ଅଭିନେତା ଶାହାରୁଖ ଖାଁଙ୍କ ଚଳଚ୍ଚିତ୍ର ଓମ୍ ଶାନ୍ତି ଓମ୍ରେ ଜରିଆରେ ଅଭିନୟ ଆରମ୍ଭ କରିଥିଲେ । ଏହି ଚଳଚ୍ଚିତ୍ର ପାଇଁ ତାଙ୍କୁ ଫିଲ୍ମଫେୟାରରେ ଶ୍ରେଷ୍ଠ ନାବାଗତା ପୁରସ୍କାର ମଧ୍ୟ ମିଳିଥିଲା । ଏହାପରେ ଦୀପିକାଙ୍କ ଅଭିନୀତ ଚଳଚ୍ଚିତ୍ର ଲଭ୍ ଆଜକଲ୍, ଲଫଙ୍ଗେ ପରିନ୍ଦେକୁ ଦର୍ଶକ ପସନ୍ଦ କରିଥିବାବେଳେ ବଚ୍ନା ୟେ ହସିନୋ, ହାଉସଫୁଲ୍ ଆଦି ଚଳଚ୍ଚିତ୍ରରେ ଅଭିନୟ ପାଇଁ ନାକାରତ୍ମକ ମନ୍ତବ୍ୟ ମିଳିଥିଲା ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ବାଲଗୋପାଲ ମିଶ୍ର (ଜନ୍ମ: ୫ ନଭେମ୍ବର ୧୯୪୧; ଜନ୍ମସ୍ଥାନ: ଟିଟିଲାଗଡ଼, ବଲାଙ୍ଗୀର ଜିଲ୍ଲା, ଓଡ଼ିଶା) ଜଣେ ଭାରତୀୟ ରାଜନୀତିଜ୍ଞ । ସେ ଭାରତୀୟ ଜନତା ପାର୍ଟିର ଜଣେ ସଦସ୍ୟ ଭାବରେ ରାଜନୀତିରେ ସକ୍ରିୟ ଅଛନ୍ତି । ସେ ଲୋଇସିଙ୍ଗା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଓଡ଼ିଶାର ବିଧାନର ୮ମ, ୯ମ, ୧୧ଶ ଓ ୧୨ଶ ସଭାକୁ ନିର୍ବାଚିତ ହୋଇଥିଲେ । ପରବର୍ତ୍ତୀ ସମୟରେ ସେ ଜନତା ଦଳର ପ୍ରତିନିଧି ଭାବରେ ବଲାଙ୍ଗିରୀ ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ଭାରତୀୟ ସଂସଦର ତଳ ସଦନ ଲୋକ ସଭାର ୯ମ ସଭାକୁ ନିର୍ବାଚିତ ହୋଇଥିଲେ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି ।
ବରାହମିହିର (ସନ ୫୦୫- ସନ ୫୮୭) ହେଉଛନ୍ତି ଜଣେ ମହାନ୍ ଭାରତୀୟ ଗଣିତଜ୍ଞ, ଜ୍ୟୋତିର୍ବିଦ ଓ ଖଗୋଳ ବିଜ୍ଞାନୀ। ସେ କେବଳ ବରାହ ବା ମିହିର ଭାବେ ମଧ୍ୟ ପରିଚିତ। ତାଙ୍କର ଜନ୍ମ ଉଜ୍ଜୟିନୀରେ ହୋଇଥିଲା ।ପିତା ଆଦିତ୍ୟଦାସଙ୍କ ଠାରୁ ପାରମ୍ପାରିକ ଗଣିତ ଏବଂ ଜ୍ୟୋତିଷ ଶାସ୍ତ୍ର ଅଧ୍ୟୟନ କରି ସେଥିରେ ଅନେକ ସଂସ୍କାର ଆଣିଥିଲେ। ଗୁପ୍ତ ସାମ୍ରାଜ୍ୟର ବିକ୍ରମାଦିତ୍ୟ(ଚନ୍ଦ୍ରଗୁପ୍ତ-୨ୟ)ଙ୍କ ରାଜସଭାରେ ସେ ନବରତ୍ନଙ୍କ ମଧ୍ୟରେ ସ୍ଥାନ ପାଇଥିଲେ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ବିଶ୍ୱନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କ ଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
ଆଟୋରଭାସ୍ଟାଟିନ (ଇଂରାଜୀ ଭାଷାରେ Atorvastatin, ଏକ ବିକ୍ରୟ ନାମ ଲିପିଟର/ Lipitor) ଏକ ସ୍ଟାଟିନ (statin) ଔଷଧ ଯାହା ଅଧିକ ସଙ୍କଟରେ ଥିବା ହୃଦରକ୍ତନାଳୀ ରୋଗ ଓ ଡିସଲିପିଡେମିଆ (abnormal lipid levels) ଚିକିତ୍ସା ନିମନ୍ତେ ବ୍ୟବହାର କରାଯାଏ । ହୃଦରକ୍ତନାଳୀ ରୋଗ ନିମନ୍ତେ ଏହା ଏକ ପ୍ରଥମ ଧାଡ଼ିର ଔଷଧ । ଏହା ପାଟିରେ ଦିଆଯାଏ ।ଆଟୋରଭାସ୍ଟାଟିନର ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟାରେ ଗଣ୍ଠି ଯନ୍ତ୍ରଣା, ତରଳ ଝାଡ଼ା], ଛାତି ଜ୍ୱାଳା, ଅଇ ଓ ମାଂସପେଶୀ ଯନ୍ତ୍ରଣା ହୁଏ । ପାର୍ଶ୍ୱ ପ୍ରତିକ୍ରିୟା ସାଂଘାତିକ ହେଲେ ରାବଡୋମାୟୋଲାଇସିସ, ଯକୃତ ସମସ୍ୟା ଓ ମଧୁମେହ ହୋଇପାରେ । ଗର୍ଭାବସ୍ଥାରେ ଶିଶୁର କ୍ଷତି ହୋଇପାରେ । ଯକୃତରେ କୋଲେସ୍ଟେରଲ ପ୍ରସ୍ତୁତ କରୁଥିବା ଏଞ୍ଜାଇମ ଏଚଏମଜି-ସିଓଏ ରିଡକ୍ଟେଜର (HMG-CoA reductase) କାମକୁ ଏହି ଔଷଧ ଅବରୋଧ କରି କାର୍ଯ୍ୟକ୍ଷମ ହୁଏ । ଆଟୋରଭାସ୍ଟାଟିନ ଯୁକ୍ତରାଷ୍ଟ୍ର ଆମେରିକାରେ ସନ ୧୯୯୬ରେ ଡାକ୍ତରୀ ବ୍ୟବହାର ନିମନ୍ତ ସ୍ୱୀକୃତ ହୋଇଥିଲା । ଏହା ଜେନେରିକ ଔଷଧ (generic medication) ନାମରେ ମିଳେ । ସନ ୨୦୧୮ରେ ଯୁକ୍ତରାଷ୍ଟ୍ର ଆମେରିକାରେ ଏହାର ଏକ ମାସର ହୋଲସେଲ ମୂଲ୍ୟ ୩.୮୦ ଆମେରିକୀୟ ଡଲାର । ସଂଯୁକ୍ତ ରାଷ୍ଟ୍ରରେ ଏହାର ଏକ ମାସର ଖର୍ଚ୍ଚ ସନ ୨୦୧୮ରେ ୦.୭୦ ପାଉଣ୍ଡ ଥିଲା । ସନ ୨୦୧୬ରେ ଏହି ଔଷଧର ୯୬ ନିୟୁତ ପ୍ରେସକ୍ରିପସନ ହୋଇଥିଲା ଓ ସେ ବର୍ଷ ଯୁକ୍ତରାଷ୍ଟ୍ର ଆମେରିକାରେ ଏହା ୩ୟ ସର୍ବାଧିକ ପ୍ରେସକ୍ରିସନ ଥିଲା ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ରଇଜ ହେଉଛି ୨୦୧୭ ମସିହାରେ ରାହୁଲ ଢୋଲକିୟାଙ୍କଦ୍ୱାରା ନିର୍ଦେଶୀତ ଏବଂ ଗୌରୀ ଖାଁଙ୍କ, ରିତେଶ ସିଡବନି ଏବଂ ଫରହନ ଅକ୍ଷତରଙ୍କଦ୍ୱାରା ନିର୍ମିତ ଏକ ଅପରାଧ ଭିତ୍ତିକ ଚଳଚ୍ଚିତ୍ର । ଏହା ରେଡ଼ ଚିଲିସ ଏଣ୍ଟରଟେଂମେଣ୍ଟ ଏବଂ ଏକସେଲ ଏଣ୍ଟରଟେଂମେଣ୍ଟ ବ୍ୟାନରରେ ଉନ୍ମୋଚନ ହୋଇଥିଲା । ଏହାର ମୁଖ୍ୟ ଭୂମିକାରେ ସରୁଖ ଖାନ, ମହୀରା ଖାନ ଏବଂ ନବାଜୁଦ୍ଦିନ ସୀଦ୍ଦୀକି ଅଭିନୟ କରିଛନ୍ତି । ଏହି ଚଳଚ୍ଚିତ୍ରଟି ଭାରତ ବର୍ଷରେ ବହୁଳ ଆଦୃତ ହୋଇଛି ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ପଦ୍ମପୁରାଣର ପ୍ରାଚୀ ମାହାତ୍ମ୍ୟରେ ଅର୍କ ତୀର୍ଥର ମାହାତ୍ମ୍ୟ ବର୍ଣ୍ଣନା କରାଯାଇଛି I ସେହି ଅର୍କ ତୀର୍ଥ ପରବର୍ତ୍ତୀ କାଳରେ ‘ ଚନ୍ଦ୍ରଭାଗା ତୀର୍ଥ ’ ନାମରେ ପ୍ରସିଦ୍ଧ ହୋଇଛି I ସ୍ୱର୍ଗର ପୁଣ୍ୟତୋୟା ସରସ୍ୱତୀ ମର୍ତ୍ତ୍ୟଲୋକରେ ପ୍ରାଚୀ ନାମରେ ପ୍ରବାହିତ ହୋଇଥିଲେ I ତା’ପରେ ଏହା ଚିତ୍ରୋତ୍ପଳା, କାଦୁଆ ଓ ଶେଷରେ ଚନ୍ଦ୍ରଭାଗା ନାମରେ କୋଣାର୍କ ନିକଟରେ ସମୁଦ୍ରରେ ପଡ଼ିଥିଲା I ଶାମ୍ବ ଏହି ଚନ୍ଦ୍ରଭାଗା ନଦୀକୂଳରେ ସୂର୍ଯ୍ୟ ଉପାସନା କରି କୁଷ୍ଠରୋଗରୁ ମୁକ୍ତିଲାଭ କରିଥିଲେ I ଏହି ଚନ୍ଦ୍ରଭାଗା ନଦୀରେ ସ୍ନାନ କରୁଥିବା ସମୟରେ ଶାମ୍ବ ସୂର୍ଯ୍ୟଙ୍କର ମଣିବିଗ୍ରହ ପାଇଥିଲେ ଏବଂ ସ୍ୱୟଂ ସୂର୍ଯ୍ୟଦେବ ତାଙ୍କର ସେହି ମୂର୍ତ୍ତିକୁ ଚନ୍ଦ୍ରଭାଗା ନଦୀ ତୀରରେ ମନ୍ଦିର ନିର୍ମାଣ ପାଇଁ ଶାମ୍ବଙ୍କୁ ନିର୍ଦ୍ଦେଶ ଦେଇଥିଲେ I ତେଣୁ ପ୍ରାଚୀନ କାଳରୁ ଚନ୍ଦ୍ରଭାଗା ଏକ ପୂଣ୍ୟତୀର୍ଥ ରୂପେ ଖ୍ୟାତି ଅର୍ଜନ କରିଆସିଛି I ସାରଳା ଦାସଙ୍କ ମହାଭାରତର ବନ ପର୍ବରେ ଅର୍କକ୍ଷେତ୍ର ବିଷୟରେ ଉଲ୍ଲେଖ ଅଛି ଯେ ମକର ମାସ ଅର୍ଥାତ ପବିତ୍ର ମାଘ ସପ୍ତମୀ ତିଥିରେ ସୂର୍ଯ୍ୟଦେବ ‘ ଅର୍କ ’ ନାମକ ଏକ ଦୈତ୍ୟକୁ ପାତାଳକୁ ଚାପି ତୀର୍ଥ ଅର୍କତୀର୍ଥ ସୃଷ୍ଟି କରିଥିବାରୁ ପ୍ରତିବର୍ଷ ମାଘ ଶୁକ୍ଳ ସପ୍ତମୀ ଦିନ ଏହିତୀର୍ଥରେ ପବିତ୍ର ସ୍ନାନ ଉତ୍ସବ ଅନୁଷ୍ଠିତ ହୁଏ I ତେଣୁ ‘ କୋଣାର୍କ ’ ସୂର୍ଯ୍ୟକ୍ଷେତ୍ର ନାମରେ ପ୍ରସିଦ୍ଧି ଲାଭ କରିଛନ୍ତି I ତେଣୁ ଏହିଦିନରେ ସୂର୍ଯ୍ୟପୂଜା କରାଯାଏ I ପଦ୍ମ ପୁରାଣରେ ପ୍ରାଚୀ ମହାତ୍ମ୍ୟରେ ବର୍ଣ୍ଣନା କରାଯାଇଛି ଯେ ସୂର୍ଯ୍ୟଦେବ ନିଜର ପାପ ମୋଚନ ନିମନ୍ତେ ଅର୍କତୀର୍ଥରେ ତପସ୍ୟା କରି ମୁକ୍ତିଲାଭ କରିଥିଲେ I ମହାଦେବ ମଧ୍ୟ ଏଠାରେ ତପସ୍ୟା କରି ବ୍ରହ୍ମାଶିର ଛେଦନ ଜନିତ ପାପରୁ ମୁକ୍ତି ପାଇଥିଲେ I ସୂର୍ଯ୍ୟଦେବ ଶିବଙ୍କୁ ଅର୍କ ତୀର୍ଥର ମାହାତ୍ମ୍ୟ ବର୍ଣ୍ଣନା କରି କହିଛନ୍ତି -
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ଏହି ବିଷୟଟି ମାନବ ଫୁସଫୁସ ବିଷୟରେ ଲେଖାଯାଇଛି । ଫୁସଫୁସ ଶ୍ୱାସକ୍ରିୟା ନିମନ୍ତେ ଉଦ୍ଦିଷ୍ଟ ମାନବ ଶରୀରର ଏକ ଅଙ୍ଗ । ଶରୀରରେ ଦୁଇଟି ଫୁସଫୁସ ଥାଏ, ଡାହାଣ ଫୁସଫୁସ ଓ ବାମ ଫୁସଫୁସ । ଏହା ଛାତି ଭିତରେ ଥାଏ । ଡାହାଣ ଫୁସଫୁସରେ ତିନୋଟି ଭାଗ ଥାଏ ଓ ବାମ ଫୁସଫୁସରେ ଦୁଇଟି ଭାଗ ଥାଏ । ବାମ ଫୁସଫୁସରେ ଗୋଟିଏ ବକ୍ର ଅଂଶ ଥାଏ ଓ ଏହା ପାଖରେ ହୃତପିଣ୍ଡ ଥାଏ । ପ୍ଲୁରା ନାମକ ଗୋଟିଏ ପତଳା ଝିଲ୍ଲୀ ଆବରଣ ଫୁସଫୁସକୁ ଘୋଡେଇ ରଖିଥାଏ । ପ୍ରତ୍ୟେକ ଫୁସ୍ଫୁସରେ ଦୁଇ ପ୍ରକାର ଅଂଶ ଦେଖାଯାଏ, ବାୟୁ ବାହୀ ନଳୀ ଓ ଫୁସଫୁସ ପାରେନକାଇମା । ଟ୍ରାକିଆ ନାମକ ବାଯୁବାହୀ ନଳୀ ତଣ୍ଟିରୁ ଆରମ୍ଭ ହୋଇ ଆସେ ଓ ଦୁଇ ଭାଗ ହୋଇ ବ୍ରୋଙ୍କସ ନାମରେ ଫୁସଫୁସ ମଧ୍ୟକୁ ପ୍ରବେଶ କରିଥାଏ । ଏହି ବ୍ରୋଙ୍କସ ଫୁସଫୁସ ମଧ୍ୟରେ ଶାଖା ପ୍ରଶାଖା ମେଲେଇ ବ୍ରୋଙ୍କିଓଲ ନାମ ନିଏ ଓ ଅତି ସରୁ ନଳୀରେ ପରିଣତ ହୁଏ । ପରିଶେଷରେ ଏହା ଫୁସଫୁସର ଆଲଭିଓଲାଇରେ ଶେଷ ହୁଏ । ଦୁଇଟିଯାକ ଫୁସଫୁସରେ ୨୪୦୦ କି.ମି.
ପଇତା ହେଉଛି ଭାରତୀୟ ହିନ୍ଦୁ ସଂସ୍କୃତିରେ ଧାରଣ କରାଯାଉଥିବା ଏକ ପବିତ୍ର ସୂତ୍ର । ଏହାକୁ ସାଧାରଣତଃ ହିନ୍ଦୁ ବ୍ରାହ୍ମଣମାନେ ଧାରଣ କରିଥାନ୍ତି । ଏହି ପଇତା ବା ଯଜ୍ଞୋପବିତକୁ ଧାରଣ କରିବା ପାଇଁ ବ୍ରତୋପନୟନ ନାମକ ଏକ ସଂସ୍କାରର ଆୟୋଜନ କରାଯାଏ । ବ୍ରାହ୍ମଣଙ୍କ ଛଡ଼ା କ୍ଷତ୍ରିୟ ଓ ବୈଶ୍ୟମାନେ ମଧ୍ୟ ପଇତା ଧାରଣ କରିଥାନ୍ତି । ବ୍ରାହ୍ମଣମାନଙ୍କ ପଇତା ସୂତାରେ ତିଆରି ହୋଇଥିବା ବେଳେ, କ୍ଷତ୍ରିୟମାନଙ୍କ ପଇତା ଛଣରେ ଓ ବୈଶ୍ୟମାନଙ୍କ ପଇତା ପଶମରେ ତିଆରି ହୋଇଥାଏ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ୱାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ଶ୍ରାବଣୀ ନନ୍ଦ(ଜନ୍ମ: ୭ ମେ ୧୯୯୧) ଓଡ଼ିଶାର କନ୍ଧମାଳ ଜିଲ୍ଲା ଅନ୍ତର୍ଗତ ଟିକାବାଲିରେ ଜନ୍ମିତ ଜଣେ ଧାବିକା । ସେ ୨୦୧୬ ରିଓ ଅଲିମ୍ପିକ୍ସରେ ଭାରତକୁ ପ୍ରତିନିଧିତ୍ୱ କରିଥିଲେ । ତାଙ୍କ ବାପା ବନବିହାରୀ ନନ୍ଦ ଜଣେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ଏବଂ ମାତା ସୁବାସିନୀ ରାୟଗୁରୁ ଜଣେ ଶିକ୍ଷୟତ୍ରୀ । ଭବିଷ୍ୟତରେ ଜଣେ ଭଲ ଆଥଲେଟ୍ ହେବା ଆଶାରେ ୨୦୦୨ରେ ଯୋଗ ଦେଇଥିଲେ ରାଜ୍ୟ କ୍ରୀଡ଼ାବାସରେ । ସେ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ମହିଳା ୪୦୦ ମିଟର ରେଲେ ସହ ୧୦୦ ମିଟର ଓ ୨୦୦ ମିଟର ଦୌଡ଼ ପ୍ରତିଯୋଗିତା ମାନଙ୍କରେ ଭାରତ ଓ ଓଡ଼ିଶା ରାଜ୍ୟକୁ ପ୍ରତିନିଧିତ୍ୱ କରିଥିଲେ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ଚିନି - ସାଧାରଣତଃ ଏହାକୁ ନିତିଦିନିଆ ଖାଦ୍ୟରେ ବ୍ୟବହାର କରାଯାଏ । ଏହାର ସ୍ୱାଦ ମିଠା ଅଟେ । ମୁଖ୍ୟତ ଏଥିରେ ଶ୍ୱେତସାର ଥାଏ । ସାଧାରଣ ଚିନିକୁ monosaccharides ବୋଲି କୁହାଯାଏ । ଏଥିରେ glucose ଓ fructose ଥାଏ । ଗ୍ରାନ୍ୟୁଲେଟେଡ ଚିନିକୁ disaccharide କୁହାଯାଏ । ଏଥିରେ maltose ଓ lactose ଥାଏ । ଚିନି ଆଖୁରୁ ପ୍ରସ୍ତୁତ କରାଯାଇଥାଏ । ଦକ୍ଷିଣ ଏସିଆ ଓ ଦକ୍ଷିଣ ପୂର୍ବ ଏସିଆରେ ଅଧିକ ଆଖୁ ଚାଷ କରାଯାଇଥାଏ ।