ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ସନ୍ତୋଷ ଚୌଧୁରୀ (ଜନ୍ମ: ୫ ଅକ୍ଟୋବର ୧୯୪୪) ଜଣେ ଭାରତୀୟ ରାଜନୀତିଜ୍ଞ । ସେ କଂଗ୍ରେସ ଦଳର ଜଣେ ସଦସ୍ୟା ଭାବରେ ରାଜନୀତିରେ ସକ୍ରିୟ ଅଛନ୍ତି । ସେ ୨୦୦୯ ଭାରତୀୟ ସାଧାରଣ ନିର୍ବାଚନରେ ହୁସିଆରପୁର ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ଭାରତୀୟ ସଂସଦର ତଳ ସଦନ ଲୋକ ସଭାର ୧୫ଶ ସଭାକୁ ନିର୍ବାଚିତ ହୋଇଥିଲେ । ପୂର୍ବରୁ ସେ ୧୯୯୨ ଓ ୧୯୯୯ ଭାରତୀୟ ସାଧାରଣ ନିର୍ବାଚନରେ ଫିଲ୍ଲୁର ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୦ମ ଓ ୧୩ଶ ଲୋକ ସଭାରେ ନିର୍ବାଚିତ ହୋଇଥିଲେ । ସେ ସଫେଇ କର୍ମଚାରୀଙ୍କର ରଷ୍ଟ୍ରିୟ ସଂଘର ସଭାପତି ଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ଶ୍ରୀନିବାସ ରାମାନୁଜନ FRS ( pronunciation ) (୨୨ ଡିସେମ୍ବର ୧୯୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ ’ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ପଦ୍ମପୁରାଣର ପ୍ରାଚୀ ମାହାତ୍ମ୍ୟରେ ଅର୍କ ତୀର୍ଥର ମାହାତ୍ମ୍ୟ ବର୍ଣ୍ଣନା କରାଯାଇଛି I ସେହି ଅର୍କ ତୀର୍ଥ ପରବର୍ତ୍ତୀ କାଳରେ ‘ ଚନ୍ଦ୍ରଭାଗା ତୀର୍ଥ ’ ନାମରେ ପ୍ରସିଦ୍ଧ ହୋଇଛି I ସ୍ୱର୍ଗର ପୁଣ୍ୟତୋୟା ସରସ୍ୱତୀ ମର୍ତ୍ତ୍ୟଲୋକରେ ପ୍ରାଚୀ ନାମରେ ପ୍ରବାହିତ ହୋଇଥିଲେ I ତା’ପରେ ଏହା ଚିତ୍ରୋତ୍ପଳା, କାଦୁଆ ଓ ଶେଷରେ ଚନ୍ଦ୍ରଭାଗା ନାମରେ କୋଣାର୍କ ନିକଟରେ ସମୁଦ୍ରରେ ପଡ଼ିଥିଲା I ଶାମ୍ବ ଏହି ଚନ୍ଦ୍ରଭାଗା ନଦୀକୂଳରେ ସୂର୍ଯ୍ୟ ଉପାସନା କରି କୁଷ୍ଠରୋଗରୁ ମୁକ୍ତିଲାଭ କରିଥିଲେ I ଏହି ଚନ୍ଦ୍ରଭାଗା ନଦୀରେ ସ୍ନାନ କରୁଥିବା ସମୟରେ ଶାମ୍ବ ସୂର୍ଯ୍ୟଙ୍କର ମଣିବିଗ୍ରହ ପାଇଥିଲେ ଏବଂ ସ୍ୱୟଂ ସୂର୍ଯ୍ୟଦେବ ତାଙ୍କର ସେହି ମୂର୍ତ୍ତିକୁ ଚନ୍ଦ୍ରଭାଗା ନଦୀ ତୀରରେ ମନ୍ଦିର ନିର୍ମାଣ ପାଇଁ ଶାମ୍ବଙ୍କୁ ନିର୍ଦ୍ଦେଶ ଦେଇଥିଲେ I ତେଣୁ ପ୍ରାଚୀନ କାଳରୁ ଚନ୍ଦ୍ରଭାଗା ଏକ ପୂଣ୍ୟତୀର୍ଥ ରୂପେ ଖ୍ୟାତି ଅର୍ଜନ କରିଆସିଛି I ସାରଳା ଦାସଙ୍କ ମହାଭାରତର ବନ ପର୍ବରେ ଅର୍କକ୍ଷେତ୍ର ବିଷୟରେ ଉଲ୍ଲେଖ ଅଛି ଯେ ମକର ମାସ ଅର୍ଥାତ ପବିତ୍ର ମାଘ ସପ୍ତମୀ ତିଥିରେ ସୂର୍ଯ୍ୟଦେବ ‘ ଅର୍କ ’ ନାମକ ଏକ ଦୈତ୍ୟକୁ ପାତାଳକୁ ଚାପି ତୀର୍ଥ ଅର୍କତୀର୍ଥ ସୃଷ୍ଟି କରିଥିବାରୁ ପ୍ରତିବର୍ଷ ମାଘ ଶୁକ୍ଳ ସପ୍ତମୀ ଦିନ ଏହିତୀର୍ଥରେ ପବିତ୍ର ସ୍ନାନ ଉତ୍ସବ ଅନୁଷ୍ଠିତ ହୁଏ I ତେଣୁ ‘ କୋଣାର୍କ ’ ସୂର୍ଯ୍ୟକ୍ଷେତ୍ର ନାମରେ ପ୍ରସିଦ୍ଧି ଲାଭ କରିଛନ୍ତି I ତେଣୁ ଏହିଦିନରେ ସୂର୍ଯ୍ୟପୂଜା କରାଯାଏ I ପଦ୍ମ ପୁରାଣରେ ପ୍ରାଚୀ ମହାତ୍ମ୍ୟରେ ବର୍ଣ୍ଣନା କରାଯାଇଛି ଯେ ସୂର୍ଯ୍ୟଦେବ ନିଜର ପାପ ମୋଚନ ନିମନ୍ତେ ଅର୍କତୀର୍ଥରେ ତପସ୍ୟା କରି ମୁକ୍ତିଲାଭ କରିଥିଲେ I ମହାଦେବ ମଧ୍ୟ ଏଠାରେ ତପସ୍ୟା କରି ବ୍ରହ୍ମାଶିର ଛେଦନ ଜନିତ ପାପରୁ ମୁକ୍ତି ପାଇଥିଲେ I ସୂର୍ଯ୍ୟଦେବ ଶିବଙ୍କୁ ଅର୍କ ତୀର୍ଥର ମାହାତ୍ମ୍ୟ ବର୍ଣ୍ଣନା କରି କହିଛନ୍ତି -
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣୀ ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
ବ୍ରାହ୍ମ ସମାଜ ରାଜା ରାମମୋହନ ରାୟଙ୍କଦ୍ୱାରା ୧୮୨୮ ମସିହା ଅଗଷ୍ଟ ୨୦ ତାରିଖରେ ପ୍ରତିଷ୍ଠିତ ଏକ ଧାର୍ମିକ ଅନୁଷ୍ଠାନ। ବ୍ରହ୍ମ ସମାଜ ଥିଲା ରାଜା ରାମମୋହନ ରାୟଙ୍କର ଏକ ଅନବଦ୍ୟ ସୃଷ୍ଟି। ଏହି ଅନୁଷ୍ଠାନ ମାଧ୍ୟମରେ ହିଁ ସେ ଜନସାଧାରଣମାନଙ୍କୁ ତାଙ୍କ ବାଣୀ ପ୍ରଚାର କରିଥିଲେ। ଆଧ୍ୟତ୍ମିକତା, ସହିଷ୍ଣୁତା ଓ ସର୍ବ ଧର୍ମସମନ୍ୱୟ ଥିଲା ବ୍ରାହ୍ମ ସମାଜର ଆଦର୍ଶ। ରାମସେ ମେକଡୋନାଲଡଙ୍କ ଭାଷାରେ ବ୍ରାହ୍ମ ସମାଜ ହିନ୍ଦୁ ଧର୍ମକୁ ପରିତ୍ୟାଗ ନକରି ପାଶ୍ଚାତ୍ୟ ଜଗତର ଧର୍ମ ବିଶ୍ୱାସ ପ୍ରତି ଉଦାର ଓ ସହାନୁଭୂତି ସମ୍ପନ୍ନ ହେବାକୁ ଚେଷ୍ଟା କରୁଥିଲା। ଏହି ସମାଜଦ୍ୱାରା ରାମମୋହନ ହିନ୍ଦୁ ଧର୍ମର ରକ୍ଷଣଶୀଳତାକୁ ଦୂର କରିବା ନିମନ୍ତେ ଚେଷ୍ଟା କରି କେତେକାଂଶରେ କୃତକାର୍ଯ୍ୟ ହୋଇଥିଲେ। ବାସ୍ତବପକ୍ଷେ ଭାରତୀୟମାନଙ୍କ ମନରେ ସ୍ୱାଧୀନ ଚିନ୍ତାଧାରା ଓ ଦୁଃସାହାସିକ ମନୋଭାବର ବୀଜ ବପନ କରିବାରେ ସାହାର୍ଯ୍ୟ କରିଥିଲା ବ୍ରହ୍ମ ସମାଜ। ପରେ ପରେ ଏହି ବୀଜ ଏକ ବିରାଟ ବୃକ୍ଷରେ ପରିଣତ ହୋଇ ସ୍ୱାଧୀନତା ଲାଭ ନିମନ୍ତେ ସଂଗ୍ରାମ କରିବାକୁ ଭାରତୀୟମାନଙ୍କୁ ପ୍ରୋତ୍ସାହିତ କରିଥିଲା। ଏହା ଏକ ପ୍ରଭାବଶାଳୀ ଧାର୍ମିକ ଆନ୍ଦୋଳନ ମଧ୍ୟରୁ ଅନ୍ୟତମ ଥିଲା, ଯାହା ଆଧୁନିକ ଭାରତ ନିର୍ମାଣର ବିଶ୍ୱାସଯୋଗ୍ୟ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଦୟାନନ୍ଦ ସରସ୍ୱତୀ (ଖ୍ରୀ.ଅ ୧୮୨୪ - ୧୮୮୩) ଥିଲେ ଜଣେ ଲେଖକ, ସମାଜ ସଂସ୍କାରକ ଓ ଆର୍ଯ୍ୟ ସମାଜର ସଂସ୍ଥାପକ । ଦୟାନନ୍ଦ ସଂସ୍କୃତ ଓ ହିନ୍ଦୀ ଭାଷାରେ ପ୍ରଭାବଶାଳୀ ବକ୍ତା ଭାବେ ପରିଚିତ । ସେ କହୁଥିଲେ ମୃତ ବ୍ୟକ୍ତିକୁ ଶ୍ରାଦ୍ଧ ତର୍ପଣ ନଦେଇ ଜୀବିତ ପିତାମାତା ଓ ବୃଦ୍ଧ ବ୍ୟକ୍ତିକୁ ସେବା କରିବା ହେଲା ପିତୃଯଜ୍ଞ । ଫଳିତ ଜ୍ୟୋତିଷ, ସାମୁଦ୍ରିକ ବିଦ୍ୟା, ହସ୍ତରେଖା ଆଦି ଅଯଥାର୍ଥ ଓ ଅନାବଶ୍ୟକ କାମ । ଲୈାକିକ ବ୍ୟବହାରରେ ସାଧୁତା, ଯଥାର୍ଥ କର୍ମସାଧନା, କର୍ତ୍ତବ୍ୟ ପ୍ରତି ନିଷ୍ଠା ବଳରେ ପ୍ରାଣୀ ଫଳପ୍ରାପ୍ତ ହୁଅନ୍ତି ପ୍ରତିମା ପୂଜାଦେଇ ନୁହେଁ । ତାଙ୍କର ଉପଲବ୍ଧ ସତ୍ୟକୁ ପ୍ରତିପାଦିତ କରିବାକୁ ଯାଇ ସେ ଅପୌତ୍ତଳିକତା ଓ ନିଚ୍ଛକ ବୈଦିକ ସତ୍ୟର ଆଲୋଚନା ପାଇଁ ଆର୍ଯ୍ୟ ସମାଜ ସ୍ଥାପନ କରିଥିଲେ । ଆର୍ଯ୍ୟ ସମାଜ ଜରିଆରେ ଶିକ୍ଷାର ପ୍ରସାର କରାଇ ନାରୀକୁ ପୁରୁଷ ସହ ସମାନ ଅଧିକାର ଦେବାର ଯୁକ୍ତି ସେ ଦର୍ଶାଇଥିଲେ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଗୁରୁବାର ହେଲା ସପ୍ତାହର ଏକ ଦିନ ଯାହା ବୁଧବାର ପରେ ଓ ଶୁକ୍ରବାର ପୂର୍ବରୁ ଆସେ । ଗୁରୁବାର ଦିନ ମା'ଲକ୍ଷ୍ମୀ ଓ ଭଗବାନ ବିଷ୍ଣୁଙ୍କୁ ପୂଜା କରାଯାଏ । ଗ୍ରହରାଜ ବୃହସ୍ପତି ହେଉଛନ୍ତି ଏହି ଦିବସର ଆରାଧ୍ୟ ଦେବତା । ଗ୍ରହ ଶାନ୍ତି ନିମନ୍ତେ ଚୈତ୍ର, ଭାଦ୍ରବ ଏବଂ କାର୍ତ୍ତିକ ମାସରେ ବ୍ରତ କରାଯାଏ । ଗୁରୁବାର ଦିନ ହଳଦିଆ ରଙ୍ଗର ବସ୍ତ୍ର ପିନ୍ଧି ସେହି ରଙ୍ଗର ସାମଗ୍ରୀ ଦାନ କରାଯାଏ ।
ଲିସିନୋପ୍ରିଲ (ଇଂରାଜୀ ଭାଷାରେ Lisinopril) ଏକ ଏସିଇ ଇନହିବିଟର (angiotensin-converting enzyme (ACE) inhibitor) ଶ୍ରେଣୀର ଔଷଧ ଯାହା ଉଚ୍ଚ ରକ୍ତଚାପ, ହୃଦ୍ପାତ ଓ ହୃଦ୍ଘାତ ପରବର୍ତ୍ତୀ ସମୟରେ ଚିକିତ୍ସା ନିମନ୍ତେ ବ୍ୟବହାର କରାଯାଏ । ଉଚ୍ଚ ରକ୍ତଚାପ ରୋଗ ନିମନ୍ତେ ଏହା ପ୍ରଥମ ଶ୍ରେଣୀର ଔଷଧ ଯଦିଓ କଳା ଶ୍ରେଣୀର ଲୋକଙ୍କ (black) ପାଇନ କ୍ୟାଲସିଅମ-ଚାନେଲ ବ୍ଲକର (calcium-channel blockers) ବା ଥିଆଜାଇଡ ଡାଇୟୁରେଟିକ (thiazide diuretics) ଭଲ କାମ କରେ । ମଧୁମେହ ରୋଗ ଥିଲେ ବୃକ୍କ ସମସ୍ୟା (kidney problems) ପ୍ରତିଷେଧ ନିମନ୍ତେ ମଧ୍ୟ ଏହା ବ୍ୟବହା କରାଯା । ଲିସିନୋପ୍ରିଲ ପାଟିରେ ଦିଆଯାଏ । ସମ୍ପୁର୍ଣ୍ଣ ପ୍ରଭାବ ଆସିବାକୁ ପ୍ରାୟ ୪ ସପ୍ତାହ ଲାଗେ । ଲିସିନୋପ୍ରିଲର ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟାରେ ମୁଣ୍ଡ ବିନ୍ଧା, ମୁଣ୍ଡ ଓଜନିଆ ଲାଗିବା, ଥକ୍କାଣ ଅନୁଭବ, କାଶ, ଅଇ ଓ ରାସ୍ ହୋଇପାରେ । ପ୍ରତିକ୍ରିୟା ସାଂଘାତିକ ହେଲେ ନିମ୍ନ ରକ୍ତଚାପ (low blood pressure), ଯକୃତ ସମସ୍ୟା ଓ ଆଞ୍ଜିଓଇଡିମା ହୋଇପାରେ । ଶିଶୁର ହାନୀ କରୁଥିବାରୁ ଗର୍ଭାବସ୍ଥାରେ ଏହା ଦିଆଯାଏ ନାହିଁ । ରେନିନ-ଆଞ୍ଜିଓଟେନସିନ ସିସ୍ଟମକୁ (renin-angiotensin-aldosterone system) ଅବରୋଧ କରି ଲିସିନୋପ୍ରିଲ କାର୍ଯ୍ୟକ୍ଷମ ହୁଏ ।ଯୁକ୍ତରାଷ୍ଟ୍ର ଆମେରିକାରେ ଡାକ୍ତରୀ ବ୍ୟବହାର ନିମନ୍ତେ ଲିସିନୋପ୍ରିଲ ସନ ୧୯୮୭ରେ ସ୍ୱୀକୃତ ହୋଇଥିଲା । ଏହା ଜେନେରିକ (generic medication) ଔଷଧ ନାମରେ ମିଳେ । ଯୁକ୍ତରାଷ୍ଟ୍ର ଆମେରିକାରେ ଏହାର ଏକ ମାସର ହୋଲସେଲ ମୂଲ୍ୟ ସନ ୨୦୧୮ରେ ୦.୭୦ ଡଲାର ଥିଲା । ସଂଯୁକ୍ତ ରାଷ୍ଟ୍ରରେ ସନ ୨୦୧୮ରେ ଏନଏଚଏସର (NHS) ଏକ ମାସର ଖର୍ଚ୍ଚ ବାବଦ ପ୍ରାୟ ୧୦ ପାଉଣ୍ଡ ଥିଲା । ସନ ୨୦୧୬ରେ ଯୁକ୍ତରାଷ୍ଟ୍ର ଆମେରିକାରେ ଏହାର ୧୧୦ ନିୟୁତ ପ୍ରେସକ୍ରିପସନ ହୋଇ ୨ୟ ସର୍ବାଧିକ ସ୍ଥାନ ଗ୍ରହଣ କରିଥିଲା ।
ଲକ୍ଷ୍ମଣ ନାୟକ (୨୨ ନଭେମ୍ବର ୧୮୯୯ - ୨୯ ମାର୍ଚ୍ଚ ୧୯୪୩) ଓଡ଼ିଶାର ଜଣେ ଅଗ୍ରଣି ସ୍ୱାଧୀନତା ସଂଗ୍ରାମୀ । ଆଦିବାସୀ ପାଇଁ ସେ ମାଲକାନାଗିରିର ଗାନ୍ଧି ଭାବେ ପ୍ରସିଦ୍ଧ ଥିଲେ । ଲକ୍ଷ୍ମଣ ନାୟକ ୧୮୯୯ ମସିହା ନଭେମ୍ବର ୨୨ ତାରିଖରେ କୋରାପୁଟ ଜିଲ୍ଲା (ବର୍ତ୍ତମାନର ମାଲକାନଗିରି ଜିଲ୍ଲା)ର ତେନ୍ତୁଲିଗୁମ୍ମା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଲକ୍ଷ୍ମଣ ଥିଲେ ଦ୍ୱିତୀୟ ସନ୍ତାନ, ବଡଭାଇ ସନିଆ ଓ ସାନଭାଇ ଧନ ଭୁମିୟା । ତାଙ୍କ ପିତା ପଦଲମ ନାୟକ ଜାତିରେ ବୀର ଭୁମିୟା ଓ ଚାଷ ଥିଲା ଜୀବିକା । ଗ୍ରାମବାସୀଙ୍କ ମନୋନୟନ ଅନୁଯାୟୀ ତାଙ୍କୁ କୋରାପୁଟ ରାଜା ତୃତୀୟ ବିକ୍ରମଦେବ (ରାଜଗାଦୀ ୧୮୮୯ରୁ ୧୯୨୦ ) ମୁସ୍ତାଦାର ବା ନାୟକ ପଦର ନିୟୁକ୍ତ କରିଥିଲେ । ଦାୟିତ୍ୱ ଥିଲା ତେନ୍ତୁଲିଗୁମା,ବେଜୁଣୀଗୁଡା,ଲେକିଗୁଡା, ଅଅଁଳାଗୁଡାର ଖଜଣା ଆଦାୟ ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଶୁକ୍ରବାର ହେଲା ସପ୍ତାହର ଏକ ଦିନ ଯାହା ଗୁରୁବାର ପରେ ଓ ଶନିବାର ପୂର୍ବରୁ ଆସେ । ହିନ୍ଦୁ ଧାର୍ମିକ ପରମ୍ପରାରେ ଶୁକ୍ରବାର ଶକ୍ତିମାତା ଏବଂ ଗ୍ରହଦେବତା ଶୁକ୍ରଙ୍କୁ ସମର୍ପିତ I ଶକ୍ତିଙ୍କ ସ୍ୱରୂପ ହେଲେ ଦେବୀ ମାତା ଦୁର୍ଗା ଏବଂ ତାଙ୍କର ଅବତାର କାଳୀ, ଅନ୍ନପୂର୍ଣ୍ଣେଶ୍ୱରୀ ଏବଂ ସନ୍ତୋଷୀ I ଏହି ଦିନ ମୁଖ୍ୟତଃ ଦେବୀ ସନ୍ତୋଷୀ ମାତାଙ୍କ ସମ୍ମାନର୍ଥେ ବ୍ରତଧାରଣ କରାଯାଇଥାଏ I ଏହି ବ୍ରତ-ଉପବାସ ‘ଷୋହଳ ଶୁକ୍ରବାର ବ୍ରତ’ ଭାବେ ସମଗ୍ର ଭାରତରେ ପ୍ରସିଦ୍ଧ I କାରଣ ବ୍ରତଧାରୀମାନେ କ୍ରମାଗତ ଭାବେ ୧୬ଟି ଶୁକ୍ରବାରରେ ଉପବାସ ପାଳନ କରିଥା‘ନ୍ତି I ମା'ସନ୍ତୋଷୀଙ୍କୁ ପୂଜା କଲେ ସୁଖ, ଶାନ୍ତି ପ୍ରାପ୍ତି ସହ ମନସ୍କାମନା ପୂର୍ଣ୍ଣ ହୁଏ ବୋଲି ବିଶ୍ୱାସ ରହିଛି । ଯେକୌଣସି ମାସର ଶୁକ୍ଳପକ୍ଷରୁ ଏହି ବ୍ରତ ଆରମ୍ଭ କରାଯାଇଥାଏ । ଏହିଦିନରେ ଶୁଭ୍ର-ଶ୍ୱେତ ବର୍ଣ୍ଣକୁ ଗୁରୁତ୍ୱ ଦିଆଯାଏ I ଏହିଦିନରେ ଶକ୍ତିଙ୍କର ଉପାସନା ଅତ୍ୟନ୍ତ ପବିତ୍ର କର୍ମବିଶେଷ I ଭାରତର ବିଭିନ୍ନ ଅଞ୍ଚଳରେ ଥିବା ଶକ୍ତି ଉପାସନା ଧର୍ମପୀଠ ଗୁଡ଼ିକରେ ଏହିଦିନ ପ୍ରବଳ ଜନସମାଗମ ହୋଇଥାଏ I ଭକ୍ତ-ଶ୍ରଦ୍ଧାଳୁମାନେ ଶ୍ୱେତବସ୍ତ୍ର ପରିଧାନପୂର୍ବକ ପୂଜାପାଠ କରିଥା’ନ୍ତି I ସୂର୍ଯ୍ୟୋଦୟ ପୂର୍ବରୁ ଉପବାସ ଆରମ୍ଭ ହୋଇ ଭଙ୍ଗ କରାଯାଏ ସୂର୍ଯ୍ୟାସ୍ତ ପରେ I ବ୍ରତଧାରୀମାନେ କେବଳ ରାତ୍ରିଭୋଜନ ଗ୍ରହଣ କରିଥା’ନ୍ତି I ଦୁଗ୍ଧ ଏବଂ ଖିରି ଭଳି ଶ୍ୱେତବର୍ଣ୍ଣା ଖାଦ୍ୟ-ଦ୍ରବ୍ୟ ଗ୍ରହଣ କରିବା ବିଧି ସର୍ବତ୍ର ପ୍ରଚଳିତ । ମା'ସନ୍ତୋଷୀଙ୍କ ବ୍ରତଧାରୀଙ୍କୁ ଶୁକ୍ରବାର ଦିନ ଖଟା ଓ ଆମିଷ ଖାଦ୍ୟ ବାରଣ କରାଯାଇଥାଏ । ବ୍ରତ ଶେଷରେ ହଳଦି, ଗୁଡ଼ ଓ ଚଣାର ଭୋଗ ଲଗାଯାଏ ।
ମାଦଳା ପାଞ୍ଜି ଓଡ଼ିଶାରେ ରାଜତ୍ୱ କରୁଥିବା ବିଭିନ୍ନ ରାଜବଂଶର ଏକ ଇତିହାସ ପୋଥି ତଥା ପୁରୀ ଜଗନ୍ନାଥ ମନ୍ଦିରରେ ଶ୍ରୀ ଜଗନ୍ନାଥଙ୍କ ପାଖରେ ପୂଜିତ । ଖ୍ରୀଷ୍ଟୀୟ ଦ୍ୱାଦଶ ଶତାବ୍ଦୀଠାରୁ ଉନବିଂଶ ଶତାବ୍ଦୀର ମଧ୍ୟଭାଗ ପର୍ଯ୍ୟନ୍ତ ଶ୍ରୀଜଗନ୍ନାଥଙ୍କ ଇତିବୃତ୍ତ ଏଥିରୁ ମିଳିଥାଏ । ରାଜା ଓ ମନ୍ଦିରର ଇତିହାସ ଲେଖିବାପାଇଁ ସଙ୍କଳ୍ପ କରିଥିବା ଲିଖନକାରମାନେ ମଝିରେ ମଝିରେ ବିଭିନ୍ନ କିମ୍ବଦନ୍ତୀ ପ୍ରୟୋଗ କରିବାରେ ଗ୍ରନ୍ଥଟି ସାହିତ୍ୟିକ ମର୍ଯ୍ୟାଦା ଲାଭ କରିପାରିଛି । ଓଡ଼ିଆ ଗଦ୍ୟ ସାହିତ୍ୟର ବିକାଶରେ ଉଭୟ ଭାଷା ଓ ଶୈଳୀ ଦୃଷ୍ଟିରୁ ମାଦଳାପାଞ୍ଜିର ସ୍ଥାନ ସ୍ୱତନ୍ତ୍ର ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ୱାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ୱର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ୱର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ୱାରା ପରିଚାଳିତ ହେଉଛି । ବାମାପଦ ତ୍ରିପାଠୀ ଏବେ ସମାଜର ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଉଇକିପେଡ଼ିଆ:ଉଇକି ଲଭ ଓମ୍ୟାନ-୨୦୧୯ ଗଣସମ୍ପାଦନା/ପ୍ରତିଭାଗୀ
Aliva Sahoo (ମୋ ଆଲୋଚନା) ୦୬:୫୧, ୧୧ ଫେବୃଆରୀ ୨୦୧୯ (IST)
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଭାରତର ସ୍ୱାଧୀନତା ସଂଗ୍ରାମ ଅନ୍ୟତମ ପ୍ରମୁଖ ଘଟଣା "ଲବଣ ସତ୍ୟାଗ୍ରହ " ୧୯୩୦ ମସିହା ମାର୍ଚ୍ଚ ୧୨ ତାରିଖରେ ଗୁଜରାଟ ରାଜ୍ୟର ସମୁଦ୍ର ତଟବର୍ତ୍ତୀ ଗ୍ରାମ ଦାଣ୍ଡୀକୁ ପଦଯାତ୍ରା ସହ ଆରମ୍ଭ ହେଇଥିଲା | ଏହା ପରାଧୀନ ଭାରତରେ ବ୍ରିଟିଶ୍ ସରକାରଙ୍କ ଲବଣ ବ୍ୟବସାୟରେ ଏକଚାଟିଆ ଆଧିପତ୍ୟ ଓ ଲବଣ ଉପରେ ଅତ୍ୟଧିକ ଟିକସ ବିପକ୍ଷରେ ଏକ ଶକ୍ତିଶାଳୀ ଅହିଂସାପୂର୍ଣ ଆନ୍ଦୋଳନ ଥିଲା |ମୋହନଦାସ କରମଚାନ୍ଦ ଗାନ୍ଧୀ (ମହାତ୍ମା ଗାନ୍ଧୀ) ଏହି ଆନ୍ଦୋଳନର ଆରମ୍ଭ କରି ମାର୍ଚ୍ଚ୧୨ ତାରିଖ ସକାଳ ୬:୩୦ରେ ୭୮ ଜଣ ଅନୁଗାମୀଙ୍କ ସହ ପ୍ରାୟ ୨୪୧ ମାଇଲ୍ (୩୯୦ କି.ମି.) ଦୂରରେ ଅବସ୍ଥିତ ଦାଣ୍ଡୀକୁ ଯାତ୍ରା ଆରମ୍ଭ କରିଥିଲେ | ୨୪ ଦିନ ଧରି ଚାଲିଥିବା ଏହି ପଦଯାତ୍ରାରେ କ୍ରମେ ସହସ୍ରାଧିକ ଦେଶବାସୀ ଗାନ୍ଧିଜୀଙ୍କ ସହ ଯୋଗ ଦେଇଥିଲେ |
ବିଜୟ ମିଶ୍ର (ଜନ୍ମ ୧୬ଜୁଲାଇ ୧୯୩୬) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଛନ୍ତି । ଶ୍ରୀ ମିଶ୍ର, ଏଯାବତ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିସାରିଛନ୍ତି । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନ ପାଇଁ ମନୋନୀତ ହୋଇଛନ୍ତି ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି ।
ଗାଲିଲିଓଙ୍କ ଜନ୍ମ , ପିସାଠାରେ (ଫେବ୍ରୁୟାରୀ ୧୫ , ୧୫୬୪) ହେଇଥିଲା । (ଠିକ ସେହି ବର୍ଷ ୱିଲିୟମ ସେକ୍ସପିଅରଙ୍କ ମଧ୍ୟ ଜନ୍ମ ହୋଇଥିଲା) ଗାଲିଲିଓ ନିଜ ଛଅ ଭାଇ ଓ ଭଉଣୀଙ୍କ ଭିତରେ ବଡ ଥିଲେ । ଗାଲିଲିଓଙ୍କ ପିତା, ଭିନସେଞ୍ଜୋ ଗାଲିଲି (Vincenzo Galilei), ଇଟାଲୀର ପିସାଠାରେ ପଶମ ବ୍ୟବସାୟ କରୁଥିଲେ । ସମ୍ଭ୍ରାନ୍ତ ବଂଶରେ ଜନ୍ମ ହୋଇ ସୁଦ୍ଧା, ଆର୍ଥିକ ଅନଟନ ଯୋଗୁଁ ତାଙ୍କ ପିତା କୁଳ ଗୌରବ ରକ୍ଷାକରି ନପାରି ସଙ୍ଗୀତ ରଚନା କରି ପରିବାର ପରିପୋଷଣ କରୁଥାନ୍ତି । ଶେଷରେ ସେ ବ୍ୟବସାୟରେ ପଶିଲେ । ଗାଲିଲିଓ ସେତେବେଳେ ଛୋଟପିଲା ହୋଇଥିଲେ ମଧ୍ୟ ସଙ୍ଗୀତକୁ ଆଦରି ନେଲେ । ବଂଶୀ ବଜାଇ ଓ ଗୀତଗାଇ ସେ ସମସ୍ତଙ୍କୁ ମୁଗ୍ଧ କରି ଦେଉଥିଲେ । ସେ ଚିତ୍ର ଅଙ୍କିବାରେ ପାରଦର୍ଶୀ ଥିଲେ । ପିଲାଙ୍କ ପାଇଁ ଖେଳଣା ଓ କଣ୍ଢେଇ ମଧ୍ୟ ତିଆରି କରୁଥିଲେ । ଯିଏ ଦେଖୁଥିଲା ତାଙ୍କ ହାତର ପ୍ରଶଂସା ନକରି ରହିପାରୁନଥିଲା ।
ପ୍ରାଣବନ୍ଧୁ କର (୧ ଡିସେମ୍ବର ୧୯୧୪ - ୩୦ ମାର୍ଚ୍ଚ ୧୯୯୮) ଜଣେ ଅଧ୍ୟାପକ, ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ତାଙ୍କ ରଚିତ କେତେକ ଜଣାଶୁଣା ରଚନା ମଧ୍ୟରେ ଅଶାନ୍ତ, ଶ୍ୱେତପଦ୍ମା ଆଦି ନାଟକ, ଦୂରପାହାଡ଼ ଓ ପେଟୁ ଏକାଙ୍କିକା, ଷଣ୍ଢ ଲଢେଇ ଓ ସୁଅ ମୁହଁରେ ପଥର ଆଦି ଗଳ୍ପ ଅନ୍ୟତମ । କର କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ମାଟିର ମଣିଷ, ଫକୀରମୋହନଙ୍କ ମାମୁ, ପ୍ରାୟଶ୍ଚିତ, ଛ ମାଣ ଆଠ ଗୁଣ୍ଠ, ହରେକୃଷ୍ଣ ମହତାବଙ୍କ ଟାଉଟର ଓ ଫତୁରାନନ୍ଦଙ୍କ ନାକଟା ଚିତ୍ରକରର ନାଟ୍ୟରୂପ ଦେଇଥିଲେ । ତାଙ୍କର ଅଶାନ୍ତ ନାଟକ ନିମନ୍ତେ ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର, ସ୍ନାୟୁ ସଂହାର ନାଟକ ନିମନ୍ତେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରରେ ସମ୍ମାନୀତ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ୱବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ସୂର୍ଯ୍ୟ ଏବଂ ଏହା ଅନ୍ତର୍ଗତ ୮ଟି ଗ୍ରହ, ନକ୍ଷତ୍ର, ଗ୍ରହାଣୁପୁଞ୍ଜ ଇତ୍ୟାଦିଙ୍କୁ ନେଇ ସୌରଜଗତ ଗଠିତ । ୮ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ, ମଙ୍ଗଳ, ବୃହସ୍ପତି, ଶନି, ୟୁରେନସ୍ ଓ ନେପଚୁନ୍ ସୂର୍ଯ୍ୟକୁ ଅଣ୍ଡାକାର ପଥରେ ପରିକ୍ରମା କରନ୍ତି। ଆଗରୁ ଗ୍ରହ କୁହାଯାଉଥିବା ପ୍ଲୁଟୋକୁ ଏବେ ଗ୍ରହ ମାନ୍ୟତାରୁ ବାହାର କରି ବାମନ ଗ୍ରହ କୁହାଯାଉଛି। ସୂର୍ଯ୍ୟଙ୍କ ନିକଟତମ ୪ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ ଓ ମଙ୍ଗଳ ମୁଖ୍ୟତଃ କଠିନ ହୋଇଥିବା ସ୍ଥଳେ ଦୂରବର୍ତ୍ତୀ ୪ଟି ଗ୍ରହ ଯଥା ବୃହସ୍ପତି, ଶନି, ଦାନବ ଗାସୀୟ ପିଣ୍ଡ ଏବଂ ୟୁରେନସ୍ ଓ ନେପଚୁନ୍ ବରଫ ଗ୍ରହ ଭାବରେ ପରିଚିତ।
ଇନ୍ଦିରା ପ୍ରିୟଦର୍ଶିନୀ ଗାନ୍ଧୀ, ଭାରତର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଥିଲେ । ପ୍ରଧାନମନ୍ତ୍ରୀ ଭାବେ ୧୯୬୬ରୁ ୧୯୭୭ ଯାଏଁ ଏବଂ ପରେ ୧୯୮୦ରୁ ୧୯୮୪ (ଇନ୍ଦିରା ଗାନ୍ଧୀଙ୍କ ହତ୍ୟା) ପର୍ଯ୍ୟନ୍ତ ସର୍ବାଧିକ ଦିନ ଦେଶର ସେବା କରିବାରେ ସେ ହେଉଛନ୍ତି ଦ୍ୱିତୀୟ ଭାରତୀୟ ପ୍ରଧାନମନ୍ତ୍ରୀ । ଇନ୍ଦିରା ଗାନ୍ଧୀ ଭାରତର ପ୍ରଥମ ପ୍ରଧାନ ମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ଏକମାତ୍ର ସନ୍ତାନ । ୧୯୫୯ ମସିହାରେ ଭାରତୀୟ ଜାତୀୟ କଂଗ୍ରେସର ସଭାପତି ଭାବେ ନିର୍ବାଚିତ ହୋଇ ସେ ତାଙ୍କର ରାଜନୈତିକ ଜୀବନ ଆରମ୍ଭ କରିଥିଲେ । ୧୯୬୪ରେ ପିତାଙ୍କ ମୃତ୍ୟୁ ପରେ ପ୍ରଧାନ ମନ୍ତ୍ରୀ ପଦପାଇଁ ଦୌଡରେ ସାମିଲ ହେବାକୁ ମନାକରି ଲାଲ ବାହାଦୁର ଶାସ୍ତ୍ରୀଙ୍କ ମନ୍ତ୍ରୀମଣ୍ଡଳରେ ଜଣେ କ୍ୟାବିନେଟ ମନ୍ତ୍ରୀଭାବେ ଯୋଗ ଦେଇଥିଲେ । ଶାସ୍ତ୍ରୀଙ୍କ ମୃତ୍ୟୁପରେ, ୧୯୬୬ରେ ଅନୁଷ୍ଠିତ ସାଧାରଣ ନିର୍ବାଚନରେ ସେ ତାଙ୍କ ବିରୋଧୀ ପ୍ରାର୍ଥୀ ମୋରାରଜୀ ଦେଶାଇଙ୍କୁ ପରାସ୍ତ କରି ଭାରତର ପ୍ରଧାନ ମନ୍ତ୍ରୀ ଭାବେ ନିର୍ବାଚିତ ହେଲେ ।