ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ବ୍ୟକ୍ତିଗତ ଅର୍ଥବ୍ୟବସ୍ଥା ହେଉଛି ଏକ ପ୍ରକାରର ଆର୍ଥିକ ପରିଚାଳନା ଯେଉଁଥିରେ ଏକ ବ୍ୟକ୍ତି ବା ପରିବାର ନିଜର ଭବିଷ୍ୟତ ଜୀବନରେ ଘଟିବାକୁଥିବା ଘଟଣା ଆକଳନ କରି ଏବଂ ଆର୍ଥିକ ପରିସ୍ଥିତିକୁ ଦୃଷ୍ଟିରେ ରଖି କିପରି ଅର୍ଥ ଖର୍ଚ୍ଚ ବା ସଞ୍ଚୟ କରି ହେବ ତାହାର ଏକ ବଜେଟ ପ୍ରସ୍ତୁତ କରିଥାନ୍ତି । ଯୋଜନା ପ୍ରସ୍ତୁତି ସମୟରେ ବ୍ୟକ୍ତିଜଣକୁ ନିଜର ସୁବିଧାନୁସାରେ ବିଭିନ୍ନ ବ୍ୟାଙ୍କିଙ୍ଗ ପ୍ରଡକ୍ଟ (ସଞ୍ଚୟ ଖାତା, କ୍ରେଡିଟ କାର୍ଡ, ଖାଉଟି ଋଣ) କିମ୍ବା ଇକ୍ୱିଟିରେ ନିବେଶ (ଶେୟାର ବଜାର, ମ୍ୟୁଚୁଆଲ ଫଣ୍ଡ, ବଣ୍ଡ ) ଏବଂ ବୀମା ପ୍ରଡକ୍ଟ (ଜୀବନ ବୀମା, ସ୍ୱାସ୍ଥ୍ୟ ବୀମା, ବିକଳାଙ୍ଗ ବୀମା) କିମ୍ବା ଚାକିରିରୁ ମିଳୁଥିବା ଅବସର ଯୋଜନା ସୁବିଧା ଏବଂ ଆୟକର ପରିଚାଳନାଆଦିକୁ ଦେଖିକରି ଯୋଜନା ପ୍ରସ୍ତୁତ କରିବାକୁ ପଡ଼ିଥାଏ ।
ପୁଲୱାମା ଆକ୍ରମଣ ୧୪ ଫେବୃୟାରୀ ୨୦୧୯ ମସିହାରେ ହୋଇଥିଲା । ଏହି ଆକ୍ରମଣରେ କିଛି ଭାରତୀୟ ସୈନ୍ୟବାହିନୀଙ୍କୁ (CRPF) ନେଇ ଜମ୍ମୁ ଶ୍ରୀନଗର ଜାତୀୟ ରାଜପଥରେ ଯାଉଥିବା ଏକ ପ୍ରତିରକ୍ଷା ବାହିନୀ ଗାଡ଼ିକୁ ଜଣେ ଆତ୍ମଘାତୀ ବିସ୍ଫୋରଣକାରୀଦ୍ୱାରା ଅବନ୍ତିପୁରା ନିକଟସ୍ଥ ଲେଥପୋରା, ପୁଲୱାମା ଜିଲ୍ଲା, ଜମ୍ମୁ ଓ କାଶ୍ମୀରଠାରେ ଆକ୍ରମଣ କରାଯାଇଥିଲା । ଏଥିରେ ୪୬ଜଣ ସିଆରପିଏଫ ସୈନ୍ୟ ଶହୀଦ ହୋଇଥିଲେ, ଏଥି ସହ ବିସ୍ଫୋରଣକାରୀର ମଧ୍ୟ ମୃତ୍ୟୁ ଘଟିଥିଲା । ଏହି ଆକ୍ରମଣକୁ ପାକିସ୍ତାନରେ ଥିବା ଏକ ଇସଲାମ ସଙ୍ଗଠନ, ଜୈଶ-ଏ-ମହମ୍ମଦ ଘଟାଇଥିବା ଦାବି କରିଛି ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ଶ୍ରୀନିବାସ ରାମାନୁଜନ FRS ( pronunciation ) (୨୨ ଡିସେମ୍ବର ୧୯୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ ’ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ନିତ୍ୟାନନ୍ଦ ମହାପାତ୍ର ଭଦ୍ରକ ଜିଲ୍ଲାର ତାଳପଦାଠାରେ ୧୭ ଜୁଲାଇ ୧୯୧୨, ରଥଯାତ୍ରା ଦିନ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜ୍ୟେଷ୍ଠ ପୁତ୍ର ଭାବେ ଜନ୍ମଗ୍ରହଣ କରିଥିଲେ । ସେ ଜଣେ ସାରସ୍ୱତ ସାଧକ, ସ୍ୱାଧୀନତା ସଂଗ୍ରାମୀ ଓ ରାଜନେତା ଥିଲେ । ସେ ଭଦ୍ରକ ନିର୍ବାଚନ ମଣ୍ଡଳୀରୁ ତିନିଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ୧୯୬୭-୭୧ରେ ସେ ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ନେତୃତ୍ୱାଧିନ ସ୍ୱତନ୍ତ୍ର ଜନ କଂଗ୍ରେସ ଶାସନ ସମୟରେ ସେ ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ ବିଭାଗ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଥିଲେ । ସେ ଥରେ ଜନ କଂଗ୍ରେସରୁ ଓ ଦୁଇଥର ସ୍ୱାଧୀନ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ବ୍ରିଟିଶ ଶାସନ ବିରୁଦ୍ଧରେ ସ୍ୱରଉତ୍ତୋଳନ କରି ସେ ତିନିଥର କାରାବରଣ କରିଥିଲେ ।୧୭ ଅପ୍ରେଲ ୨୦୧୨ରେ ସେ ଶ୍ୱାସନଳୀ ଜନିତ ରୋଗରେ ପୀଡ଼ିତ ହୋଇ ମୃତ୍ୟୁବରଣ କରିଥିଲେ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଛ ମାଣ ଆଠ ଗୁଣ୍ଠ ହେଉଛି ଫକୀର ମୋହନ ସେନାପତିଙ୍କର ଲିଖିତ ଉପନ୍ୟାସ। ୧୮୯୭ରେ ପ୍ରଥମେ ଏହା ଧାରାବାହିକ ଭାବରେ ଉତ୍କଳ ସାହିତ୍ୟ ପତ୍ରିକାରେ ପ୍ରକାଶିତ ହୋଇଥିଲା। ଫକୀର ମୋହନ ଏହାକୁ ଧୂର୍ଜଟି ଛଦ୍ମନାମରେ ପ୍ରକାଶ କରାଇଥିଲେ। ସେତେବେଳର ସାଧାରଣ ଜୀବନ ଉପରେ ଆଧାରିତ ଏହା ଏକ ବାସ୍ତବଧର୍ମୀ ଉପନ୍ୟାସ ଥିଲା। ଏପରିକି କିଛି ଲୋକ ଏହି କାହାଣୀକୁ ସତ ବୋଲି ମଧ୍ୟ ବିଚାର କରୁଥିଲେ। ୧୯୮୬ରେ ପାର୍ବତୀ ଘୋଷ ଉପନ୍ୟାସକୁ ଆଧାର କରି ଓଡ଼ିଆ ଚଳଚ୍ଚିତ୍ର ନିର୍ମାଣ କରିଥିଲେ।
ବିର୍ସା ମୁଣ୍ଡା ଭାରତର ଜଣେ ଦେଶପ୍ରେମୀ ସଂଗ୍ରାମୀ ଭାବରେ ଇତିହାସରେ ବିଖ୍ୟାତ। ଊନବିଂଶ ଶତାବ୍ଦୀରେ ଭାରତରେ ଇଂରେଜ ଶାସନ କାଳରେ ବିର୍ସା ବିହାର ଓ ଝାଡ଼ଖଣ୍ଡ ଅଞ୍ଚଳର ସ୍ୱାଧୀନତା ସଂଗ୍ରାମୀ ମାନଙ୍କୁ ଏକାଠି କରି ଏକ ବଡ ଧରଣର ବିପ୍ଲବ ଆରମ୍ଭ କରିଥିଲେ । ୨୫ ବର୍ଷ ବୟସର ହେବା ବେଳକୁ ଭାରତର ସ୍ୱାଧୀନତା ସଂଗ୍ରାମର ଇତିହାସରେ ସେ ଏକ ନୂତନ ଫର୍ଦ୍ଦ ଯୋଡ଼ିସାରିଥିଲେ । ସେ ନିଜ ଗାଁ ଏବଂ ଆଖପାଖ ଅଞ୍ଚଳର ଯୁବକ ମାନଙ୍କୁ ଇଂରେଜ ସରକାରଙ୍କ ବିରୋଧରେ ଲଢ଼ିବାକୁ ସଂଗଠିତ କରିପାରିଥିଲେ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ୱାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ୱର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ୱର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ୱାରା ପରିଚାଳିତ ହେଉଛି । ବାମାପଦ ତ୍ରିପାଠୀ ଏବେ ସମାଜର ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଇନ୍ଦିରା ପ୍ରିୟଦର୍ଶିନୀ ଗାନ୍ଧୀ, ଭାରତର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଥିଲେ । ପ୍ରଧାନମନ୍ତ୍ରୀ ଭାବେ ୧୯୬୬ରୁ ୧୯୭୭ ଯାଏଁ ଏବଂ ପରେ ୧୯୮୦ରୁ ୧୯୮୪ (ଇନ୍ଦିରା ଗାନ୍ଧୀଙ୍କ ହତ୍ୟା) ପର୍ଯ୍ୟନ୍ତ ସର୍ବାଧିକ ଦିନ ଦେଶର ସେବା କରିବାରେ ସେ ହେଉଛନ୍ତି ଦ୍ୱିତୀୟ ଭାରତୀୟ ପ୍ରଧାନମନ୍ତ୍ରୀ । ଇନ୍ଦିରା ଗାନ୍ଧୀ ଭାରତର ପ୍ରଥମ ପ୍ରଧାନ ମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ଏକମାତ୍ର ସନ୍ତାନ । ୧୯୫୯ ମସିହାରେ ଭାରତୀୟ ଜାତୀୟ କଂଗ୍ରେସର ସଭାପତି ଭାବେ ନିର୍ବାଚିତ ହୋଇ ସେ ତାଙ୍କର ରାଜନୈତିକ ଜୀବନ ଆରମ୍ଭ କରିଥିଲେ । ୧୯୬୪ରେ ପିତାଙ୍କ ମୃତ୍ୟୁ ପରେ ପ୍ରଧାନ ମନ୍ତ୍ରୀ ପଦପାଇଁ ଦୌଡରେ ସାମିଲ ହେବାକୁ ମନାକରି ଲାଲ ବାହାଦୁର ଶାସ୍ତ୍ରୀଙ୍କ ମନ୍ତ୍ରୀମଣ୍ଡଳରେ ଜଣେ କ୍ୟାବିନେଟ ମନ୍ତ୍ରୀଭାବେ ଯୋଗ ଦେଇଥିଲେ । ଶାସ୍ତ୍ରୀଙ୍କ ମୃତ୍ୟୁପରେ, ୧୯୬୬ରେ ଅନୁଷ୍ଠିତ ସାଧାରଣ ନିର୍ବାଚନରେ ସେ ତାଙ୍କ ବିରୋଧୀ ପ୍ରାର୍ଥୀ ମୋରାରଜୀ ଦେଶାଇଙ୍କୁ ପରାସ୍ତ କରି ଭାରତର ପ୍ରଧାନ ମନ୍ତ୍ରୀ ଭାବେ ନିର୍ବାଚିତ ହେଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
କାର୍ଭେଡିଲଲ (ଇଂରାଜୀ ଭାଷାରେ Carvedilol, ଏକ ବିକ୍ରୟ ନାମ କୋରେଗ/ Coreg) ଏକ ଔଷଧ ଯାହା ଉଚ୍ଚ ରକ୍ତଚାପ, କଞ୍ଜେସ୍ଟିଭ ହାର୍ଟ ଫେଲ୍ୟୁର (congestive heart failure/ CHF) , ସନ୍ତୁଳିତ ହୃଦ୍ଘାତ ପରବର୍ତ୍ତୀ ଲେଫ୍ଟ ଭେଣ୍ଟ୍ରିକୁଲାର ଡିସଫଙ୍କସନ (left ventricular dysfunction) ରୋଗମାନଙ୍କ ଚିକିତ୍ସାରେ ଦିଆଯାଏ । ଉଚ୍ଚ ରକ୍ତଚାପରେ ଏହା ଦ୍ୱିତୀୟ ଧାଡ଼ିର ଔଷଧ ଭାବରେ ଦିଆଯାଏ । ପାଟିରେ ଏହି ଔଷଧ ଦିଆଯାଏ । କାର୍ଭେଡିଲଲର ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟାରେ ମୁଣ୍ଡବୁଲା, ଥକ୍କା ଅନୁଭବ, ଗଣ୍ଠି ଯନ୍ତ୍ରଣା, ନିମ୍ନ ରକ୍ତଚାପ, ଅଇ ଓ ଅଣନିଶ୍ୱାସୀ ଆଦି ଲକ୍ଷଣମାନ ଦେଖାଯାଇପାରେ । ପ୍ରତିକ୍ରିୟା ସାଂଘାତିକ ହେଲେ ବ୍ରୋଙ୍କୋସ୍ପାଜ୍ନ (bronchospasm) ହୋଇପାରେ । ଗର୍ଭାବସ୍ଥା ଓ ସ୍ତନ୍ୟପାନ (breastfeeding) ସମୟରେ ଏହାର ନିରାପତ୍ତା ସ୍ପଷ୍ଟ ହୋଇନାହିଁ । ଯକୃତ ସମସ୍ୟା (liver problems) ଥିଲେ ଏହି ଔଷଧ ଦିଆଯାଏ ନାହିଁ । କାର୍ଭେଡିଲଲ ଏକ ବିଟା ବ୍ଲକର (nonselective beta blocker ଓ ଆଲଫା-୧ ବ୍ଲକର (alpha-1 blocker) ଔଷଧ । ଏହାର କାର୍ଯ୍ୟଧାରା ସମ୍ପୁର୍ଣ୍ଣ ରୂପେ ସ୍ପଷ୍ଟ ନ ହୋଇଥିଲେ ମଧ୍ୟ ରକ୍ତନଳୀ ସ୍ଫିତ (dilation of blood vessels) କରୁଥିବା ଅନୁମାନ କରାଯାଏ । ସନ ୧୯୭୮ରେ କାର୍ଭେଡିଲଲ ପେଟେଣ୍ଟ ହେବାପରେ ଡାକ୍ତରୀ ବ୍ୟବହାର ନିମନ୍ତେ ଯୁକ୍ତରାଷ୍ଟ୍ର ଆମେରିକାରେ ସନ ୧୯୯୫ରେ ସ୍ୱୀକୃତ ହୋଇଥିଲା । ଏହା ଜେନେରିକ (generic medication) ନାମରେ ବିକ୍ରୟ ହୁଏ । ଯୁକ୍ତରାଷ୍ଟ୍ର ଆମେରିକାରେ ଏହାର ଏକ ଡୋଜର ମୂଲ୍ୟ ସନ ୨୦୧୮ରେ ୦.୦୫ ଡଲାର ଥିଲା । ସନ ୨୦୧୬ରେ ଏହାର୨୩ ନିୟୁତ ପ୍ରେସକ୍ରିପସନ ଯୁକ୍ତରାଷ୍ଟ୍ର ଆମେରିକାରେ ହୋଇ ୩୦ତମ ସର୍ବାଧିକ ପ୍ରେସକ୍ରିପସନ ମାନ୍ୟତା ପାଇଥିଲା ।
ଭାରତରତ୍ନ - ଭାରତର ସର୍ବୋଚ୍ଚ ବେସାମରିକ ସମ୍ମାନ । ୧୯୫୪ରେ ପଦ୍ମଶ୍ରୀ, ପଦ୍ମଭୂଷଣ ଓ ପଦ୍ମ ବିଭୂଷଣ ଉପାଧି ସହ ଏହି ସର୍ବୋଚ୍ଚ ନାଗରିକ ସମ୍ମାନ ଭାରତରତ୍ନ ପ୍ରଦାନ ଆରମ୍ଭ ହୋଇଥିଲା । ଯେକୌଣସି ଜାତି, ବୃତ୍ତି (ଜୀବନ ସହ ଜଡ଼ିତ ସବୁ କ୍ଷେତ୍ରରେ ମହାନ ଅବଦାନ), ପାହ୍ୟା କିମ୍ବା ଲିଙ୍ଗର ବ୍ୟକ୍ତି ଏହି ସମ୍ମାନ ପାଇବାକୁ ଯୋଗ୍ୟ ବିବେଚିତ ହୋଇଥାଆନ୍ତି । ଭାରତରତ୍ନ ନିମନ୍ତେ ପ୍ରଧାନ ମନ୍ତ୍ରୀ ରାଷ୍ଟ୍ରପତିଙ୍କ ନିକଟରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ବିଶିଷ୍ଟ ବ୍ୟକ୍ତିଙ୍କ ନାମ ସୁପାରିଶ କରିଥାନ୍ତି । ପ୍ରତିବର୍ଷ ଅତିବେଶିରେ ୩ଜଣଙ୍କୁ ଭାରତରତ୍ନ ପ୍ରଦାନ କରାଯିବାର ବ୍ୟବସ୍ଥା ରହିଛି । ସମ୍ମାନ ସ୍ୱରୂପ ଏକ ପ୍ରଶଂସାପତ୍ର ଏବଂ ପଦକ ପ୍ରଦାନ କରାଯାଏ । ରାଷ୍ଟ୍ରପତି ନିଜେ ଏହି ସମ୍ମାନ ପ୍ରଦାନ କରନ୍ତି । ଅଦ୍ୟାବଧି ୪୧ଜଣ ପ୍ରମୁଖ ବ୍ୟକ୍ତିଙ୍କୁ ଭାରତରତ୍ନ ସମ୍ମାନରେ ସମ୍ମାନିତ କରାଯାଇସାରିଛି ।
ଅର୍ଦ୍ଧଶତାବ୍ଦୀର ଓଡ଼ିଶା ଓ ତହିଁରେ ମୋର ସ୍ଥାନ
ଅର୍ଦ୍ଧଶତାବ୍ଦୀର ଓଡ଼ିଶା ଓ ତହିଁରେ ମୋର ସ୍ଥାନ ଗୋଦାବରୀଶ ମିଶ୍ରଙ୍କର ଆତ୍ମଜୀବନୀ ଅଟେ । ପୁସ୍ତକଟି ୧୯୬୩ମସିହାରେ ଗ୍ରନ୍ଥମନ୍ଦିରଦ୍ୱାରା ପ୍ରକାଶିତ ହୋଇଥିଲା । ଏହି ବହି ପାଇଁ ୧୯୬୧ରେ ତାଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମି ପୁରସ୍କାର ଦିଆଯାଇଥିଲା ।
ପ୍ରମିଳା ମଲ୍ଲିକ (ଜନ୍ମ: ୪ ମାର୍ଚ୍ଚ ୧୯୬୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ୧୯୯୦ ମସିହାରେ ସେ ଓଡ଼ିଶା ବିଧାନ ସଭାର ୧୦ମ ସଭାକୁ ଜନତା ଦଳର ପ୍ରତିନିଧି ଭାବରେ ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ପ୍ରଥମ ଥର ପାଇଁ ନିର୍ବାଚିତ ହୋଇଥିଲେ । ପରବର୍ତ୍ତୀ ସମୟରେ ସେ ପୁଣିଥରେ ୨୦୦୦ ମସିହା ଓଡ଼ିଶା ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ସେହି ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୨ଶ ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ଏହାପରେ ସେ ଲଗାତାର ୨୦୦୪ ମସିହାରେ ୧୩ଶ, ୨୦୦୯ ମସିହାରେ ୧୪ଶ ଏବଂ ୨୦୧୪ ମିସିହାରେ ୧୫ଶ ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ପ୍ରମିଳା ପ୍ରଥମଥର ପାଇଁ ୨୦୦୪ ମସିହାରେ ୧୩ଶ ବିଧାନ ସଭାର ମନ୍ତ୍ରୀମଣ୍ଡଳରେ ମନ୍ତ୍ରୀ ହୋଇଥିଲେ । ସେ ମହିଳା ଓ ଶିଶୁ ବିକାଶ ବିଭାଗର ମନ୍ତ୍ରୀ ଥିଲେ ।
ଲକ୍ଷ୍ମଣ ନାୟକ (୨୨ ନଭେମ୍ବର ୧୮୯୯ - ୨୯ ମାର୍ଚ୍ଚ ୧୯୪୩) ଓଡ଼ିଶାର ଜଣେ ଅଗ୍ରଣି ସ୍ୱାଧୀନତା ସଂଗ୍ରାମୀ । ଆଦିବାସୀ ପାଇଁ ସେ ମାଲକାନାଗିରିର ଗାନ୍ଧି ଭାବେ ପ୍ରସିଦ୍ଧ ଥିଲେ । ଲକ୍ଷ୍ମଣ ନାୟକ ୧୮୯୯ ମସିହା ନଭେମ୍ବର ୨୨ ତାରିଖରେ କୋରାପୁଟ ଜିଲ୍ଲା (ବର୍ତ୍ତମାନର ମାଲକାନଗିରି ଜିଲ୍ଲା)ର ତେନ୍ତୁଲିଗୁମ୍ମା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଲକ୍ଷ୍ମଣ ଥିଲେ ଦ୍ୱିତୀୟ ସନ୍ତାନ, ବଡଭାଇ ସନିଆ ଓ ସାନଭାଇ ଧନ ଭୁମିୟା । ତାଙ୍କ ପିତା ପଦଲମ ନାୟକ ଜାତିରେ ବୀର ଭୁମିୟା ଓ ଚାଷ ଥିଲା ଜୀବିକା । ଗ୍ରାମବାସୀଙ୍କ ମନୋନୟନ ଅନୁଯାୟୀ ତାଙ୍କୁ କୋରାପୁଟ ରାଜା ତୃତୀୟ ବିକ୍ରମଦେବ (ରାଜଗାଦୀ ୧୮୮୯ରୁ ୧୯୨୦ ) ମୁସ୍ତାଦାର ବା ନାୟକ ପଦର ନିୟୁକ୍ତ କରିଥିଲେ । ଦାୟିତ୍ୱ ଥିଲା ତେନ୍ତୁଲିଗୁମା,ବେଜୁଣୀଗୁଡା,ଲେକିଗୁଡା, ଅଅଁଳାଗୁଡାର ଖଜଣା ଆଦାୟ ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ୱାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ୱର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ୱର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ୱାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ୱତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଅନ୍ତର୍ଜାତୀୟ ମାତୃଭାଷା ଦିବସ ପ୍ରତିବର୍ଷ ଫେବୃଆରୀ ୨୧ ତାରିଖରେ ବିଶ୍ୱବ୍ୟାପୀ ଭାଷାଗତ ଓ ଚଳଣିଗତ ବିଭିନ୍ନତା ତଥା ବହୁ ଭାଷା ପଣ ପ୍ରଚାର ନିମନ୍ତେ ପାଳିତ ହୋଇଥାଏ । ଏହା ପ୍ରଥମେ ଇଉନେସ୍କୋଦ୍ୱାରା ୧୯୯୯ ମସିହା ନଭେମ୍ବର ୧୭ରେ ଆରମ୍ଭ ହୋଇଥିଲା । ଏହାର ପାଳନ ପ୍ରଥମେ ମିଳିତ ଜାତିସଂଘ ସାଧାରଣ ସଭାରେ ୨୦୦୮ ମସିହା ଅନ୍ତର୍ଜାତୀୟ ଭାଷା ବର୍ଷରେ ଗୃହୀତ ହୋଇଥିଲା ।ଅନ୍ତର୍ଜାତୀୟ ମାତୃଭାଷା ଦିବସ ୨୦୦୦ ମସିହା ଫେବୃଆରୀ ପରଠାରୁ ପ୍ରତିବର୍ଷ ଭାଷାଗତ ଓ ଚଳଣିଗତ ବିଭିନ୍ନତା ତଥା ବହୁ ଭାଷା ପଣ ପ୍ରଚାର ନିମନ୍ତେ ପାଳିତ ହୋଇଆସୁଛି । ଏହି ଦିବସଟି ୧୯୫୨ ମସିହାରେ ସେତେବେଳର ପାକିସ୍ତାନରେ ବଙ୍ଗଳା ଭାଷାକୁ ଦୁଇଟି ରାଷ୍ଟ୍ରୀୟ ଭାଷାର ମାନ୍ୟତା ଦାବୀ କରୁଥିବା ଢାକା ବିଶ୍ୱବିଦ୍ୟାଳୟ, ଜଗନ୍ନାଥ ବିଶ୍ୱବିଦ୍ୟାଳୟ, ଢାକା ମେଡ଼ିକାଲ କଲେଜର ଛାତ୍ରମାନଙ୍କ ଅଧୁନା ବଙ୍ଗଳାଦେଶର ରାଜଧାନୀ ଢାକାର ଉଚ୍ଚନ୍ୟାୟାଳୟ ନିକଟରେ ପୁଲିସ ଗୁଳିରେ ପ୍ରାଣ ହରାଇବାର ସ୍ମୃତିରେ ପାଳିତ ହୋଇଥାଏ ।
ମାଘ ପୂର୍ଣ୍ଣିମା ଦିନ ଶ୍ରୀମନ୍ଦିରରେ ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହୋଇଥାଏ । ପୌରାଣିକ ତଥ୍ୟ ଅନୁଯାୟୀ ଏକଦା ବରୁଣ ହ୍ରଦରେ ଗଜରାଜ ସ୍ନାନ କରୁଥିବା ସମୟରେ ସେହି ହ୍ରଦରେ ଥିବା ଗୋଟିଏ ବିରାଟକାୟ କୁମ୍ଭୀର ଆକ୍ରମଣ କଲା । କୁମ୍ଭୀର ଆକ୍ରମଣରୁ ଉଦ୍ଧାର ପାଇବାର କୈଣସି ଉପାୟ ନଦେଖି ବିକଳରେ ପୁରୁଷୋତ୍ତମ ଭଗବାନଙ୍କୁ ସେ ପ୍ରାର୍ଥନା କରିଥିଲା । ଗଜରାଜର ପ୍ରାର୍ଥନାରେ ସ୍ୱଂୟ ପୁରୁଷୋତ୍ତମ ତତ୍କ୍ଷଣାତ ଭକ୍ତ ଗଜଙ୍କୁ ଆକ୍ରମଣରୁ ରକ୍ଷାକରିବା ପାଇଁ ଚକ୍ରପେଷି କୁମ୍ଭୀରକୁ ମାରି ଉଦ୍ଧାର କରିଥିଲେ । ସେହି ପୌରାଣିକ ଆଖ୍ୟାୟିକାର ସ୍ମୃତିରେ ଶ୍ରୀମନ୍ଦିରରେ ଅତ୍ୟନ୍ତ ପୁରାତନ ସମୟରୁ ଶ୍ରୀବିଗ୍ରହମାନଙ୍କ ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହୋଇଆସୁଛି । ଭୌମ ବଂଶର ରାଣୀ ବକୁଳ ମହାଦେବୀ ଏହି ବେଶ ପ୍ରଥମେ ପ୍ରଚଳନ କରାଇଥିଲେ । ତତ୍ପରେ କିଛି ବର୍ଷ ପାଇଁ ଏହା ବନ୍ଦ ହୋଇଯାଇଥିଲା । ୧୫୭୫ ମସିହାରେ ରାମଚନ୍ଦ୍ର ଦେବ ଠାକୁରମାନଙ୍କ ଗଜ ଉଦ୍ଧାରଣ ବେଶର ପୁନଃପ୍ରଚଳନ କରାଇଥିଲେ । ବାଲିସାହିରେ ଥିବା ବାସୁଦେବ ମଠର ମହନ୍ତ ବସୁଦେବ ବାବା ଗଜୋଦ୍ଧାରଣ ବେଶ କରାଇ ଆସୁଥିଲେ, ମଠଟିର ଅବଲୁପ୍ତି ପରେ କିଛି ବର୍ଷ ପାଇଁ ମନ୍ଦିର ପ୍ରଶାସନ ଖର୍ଚ୍ଚରେ ଏ ବେଶ ଅନୁଷ୍ଠିତ ହୋଇଥିଲା। ଅଳ୍ପ କିଛିବର୍ଷ ହେବ ଇମ୍ଫା କମ୍ପାନୀର ପରିଚାଳକ ବଂଶୀଧର ପଣ୍ଡାଙ୍କ ଦାନରେ ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହୋଇ ଆସୁଛି ।
ଢେଙ୍କାନାଳ ଜିଲ୍ଲାର ଯୋରନ୍ଦାଠାରେ ଏହି ପର୍ବ ପାଳନ କରାଯାଏ । ଦୂରଦୂରାନ୍ତରୁ ଅନେକ ଲୋକ ଏଇ ତିନିଦିନିଆଁ ମେଳାରେ ଭାଗ ନେବାକୁ ଆସିଥାନ୍ତି। ଏହିଦିନ ମହିମା ସନ୍ନ୍ୟାସୀମାନେ ମହିମା ଗୋସେଇଁଙ୍କ ସମାଧି ପୀଠରେ ପୂଜାର୍ଚ୍ଚନା କରିଥାନ୍ତି । ଅନେକ ମହିମା ସନ୍ନ୍ୟାସୀ ଏହିଦିନ ବୈରାଗୀରୁ ଅପରା ସନ୍ନ୍ୟାସୀ ଭାବେ ଘୋଷିତ ହୁଅନ୍ତି ।ଏହି ମେଳା ପ୍ରତିବର୍ଷ ମାଘମାସ ଶୁକ୍ଳପକ୍ଷ ଚତୁର୍ଦ୍ଦଶୀ ଦିନରେ ଅନୁଷ୍ଠିତ ହୁଏ । ଏହାର ପାଞ୍ଚଦିନ ପୂର୍ବରୁ ତଥା ଦଶମୀ ତିଥିରୁ ମହିମାଗାଦିରେ ସନ୍ନ୍ୟାସୀଙ୍କର ସମାବେଶ ହୁଏ । ତ୍ରୟୋଦଶୀ ପାହାନ୍ତାରେ ମହିମା ମେଳା ଆରମ୍ଭ ହୁଏ ଏବଂ ଏହାକୁ ପାହାନ୍ତା ପୂର୍ଣ୍ଣମୀ ମଧ୍ୟ କୁହାଯାଏ । ଏହି ଉତ୍ସବରେ ବେଢା ପରିକ୍ରମା କାର୍ଯ୍ୟ ହୋଇଥାଏ । ବଳ୍କଳଧାରୀ ମହିମା ସମାଜ ତରଫରୁ ଯେଉଁ ସନ୍ନ୍ୟାସୀମାନେ ବଳ୍କଳ ପାଇବାକୁ ଯୋଗ୍ୟ ଏବଂ କୌପୀନଧାରୀ ସମାଜ ପକ୍ଷରୁ ଯେଉଁମାନେ ଆଡ଼ବନ୍ଧ ପାଇବା ପାଇଁ ମନୋନୀତ ହୁଅନ୍ତି ସେମାନଙ୍କୁ ତାହା ପ୍ରଦାନ କରାଯାଏ । ଏହି ଉତ୍ସବ ଦେଖିବା ପାଇଁ ସାଧାରଣ ଭକ୍ତଙ୍କୁ ଅନୁମତି ନଥାଏ । ତ୍ରୟୋଦଶୀ ସନ୍ଧ୍ୟାରେ କୌପୀନଧାରୀ ମହିମାସମାଜ ଏବଂ ବଳ୍କଳଧାରୀ ମହିମା ସମାଜର କର୍ମକର୍ତ୍ତାଗଣ ନିର୍ବାଚିତ ହୁଅନ୍ତି । ବିଭିନ୍ନ ଦେଶ ବୁଲି ସନ୍ନ୍ୟାସୀମାନେ ଆଦାୟ କରିଥିବା ଅର୍ଥ ଏବଂ ସାମଗ୍ରୀ ମହିମାଗାଦିର କର୍ମକର୍ତ୍ତାଙ୍କ ହାତରେ ଅର୍ପଣ କରନ୍ତି । ଚତୁର୍ଦ୍ଦଶୀ ଦିନ ଦିବା ଦୁଇଘଣ୍ଟା ସମୟରୁ ଉତ୍ସବ ପାଳନର ପ୍ରସ୍ତୁତି ହୁଏ । ଆକାଶରେ ପୂର୍ଣ୍ଣ ଚାନ୍ଦ । ମନ୍ଦିର ବେଢାରେ ବାଦ୍ୟନିନାଦ । ଲୋକାରଣ୍ୟ ହୁଏ ମହିମାପୀଠ । ମୁହୁର୍ମୁହଃ ଉଚ୍ଚାରିତ ହେଉଥାଏ ଅଲେଖ ମହିମା ଶବ୍ଦ । ଆକାଶର ପୂର୍ଣ୍ଣଚନ୍ଦ୍ର ଏବଂ ଘିଅ ଦୀପାଳିର ଆଲୋକ ମିଶି ଗାଦିମନ୍ଦିରର ଶ୍ରୀ ଯୋଗେଶ୍ୱର ମହିମାଙ୍କ ସ୍ମୃତିକୁ ଅବଲୋକନ କରୁଛନ୍ତି ଯେପରି । ମହିମା ଧର୍ମ ଏକ ସ୍ୱତନ୍ତ୍ର ଧର୍ମ ନୁହେଁ ,ଏହା ବିଶୁଦ୍ଧ ହିନ୍ଦୁ ଧର୍ମର ଭିତ୍ତିଭୂମି ଉପରେ ପ୍ରତିଷ୍ଠିତ । କେତେକ ସାହିତ୍ୟିକ ପଣ୍ଡିତ ମତ ଦିଅନ୍ତି ଯେ ମହିମା ଧର୍ମ ବୌଦ୍ଧ ଧର୍ମର ରୂପାନ୍ତର , କିନ୍ତୁ ତାହା ସମ୍ପୂର୍ଣ୍ଣ ଭୁଲ । କାରଣ ବୌଦ୍ଧ ଧର୍ମ ଓ ମହିମା ଧର୍ମର ଲକ୍ଷ୍ୟ ସମ୍ପୂର୍ଣ୍ଣ ଅଲଗା । ବୌଦ୍ଧ ଧର୍ମର ଲକ୍ଷ୍ୟ ନିର୍ବାଣ ପ୍ରାପ୍ତି ଏବଂ ମହିମା ଧର୍ମର ଲକ୍ଷ୍ୟ ବ୍ରହ୍ମଲାଭ । ମହିମା ଧର୍ମରେ ଦୁଇ ଶ୍ରେଣୀର ସନ୍ନ୍ୟାସୀ ଦୃଷ୍ଟିଗୋଚର ହୁଅନ୍ତି I ସେମାନେ ହେଲେ କୌପୀନଧାରୀ ଓ ବଳ୍କଳଧାରୀ । ଦୁଇଗୋଷ୍ଠି ସନ୍ନ୍ୟାସୀଙ୍କର ସୃଷ୍ଟିକର୍ତ୍ତା ନିଜେ ଯୋଗେଶ୍ୱର ମହିମାପ୍ରଭୁ । ସ୍ୱୟଂ ଯୋଗେଶ୍ୱର ମହିମାପ୍ରଭୁ ମହିମାଧର୍ମର ପ୍ରବର୍ତ୍ତକ । ତାଙ୍କର ଜନ୍ମସ୍ଥାନ, ଜନ୍ମକାଳ ଓ ପିତାମାତାଙ୍କ ସମ୍ବନ୍ଧରେ ଏ ପର୍ଯ୍ୟନ୍ତ କୌଣସି ନିର୍ଦ୍ଦିଷ୍ଟ ପ୍ରମାଣ ମିଳିନାହିଁ । ଯୋଗେଶ୍ୱର ମହିମାପ୍ରଭୁ ଅଯୋନିସମ୍ଭୂତ ବୋଲି ଜଣାଯାଏ ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି ।
ବନମାଳୀ ଦାସ (୧୭୨୦-୧୭୯୩) ଜଣେ ଓଡ଼ିଆ ଭକ୍ତି କବି । "ଦୀନବନ୍ଧୁ ଦଇତାରୀ" , "କେତେ ଛନ୍ଦ ଜାଣେ ଲୋ ସହି" ଓ "ମଣିମା ହେ ଏତିକି ମାଗୁଣି ମୋର" ଆଦି ତାଙ୍କର କେତୋଟି ଜଣାଶୁଣା ରଚନା ଓ ଓଡ଼ିଶୀ ସଙ୍ଗୀତରେ ବ୍ୟବହୃତ । ତାଙ୍କ ଲୋକପ୍ରିୟ ଗୀତସବୁ ପର୍ବପର୍ବାଣୀ, ଜନସମାଗମ ସ୍ଥଳ ଓ ଓଡ଼ିଶୀ ସଙ୍ଗୀତରେ ବୋଲାଯାଇଥାଏ । ସେ ମଧ୍ୟଯୁଗୀୟ ଓଡ଼ିଆ ଭକ୍ତି-ସାହିତ୍ୟର ଆଦି କବି ଭାବେ ଜଣା । ପ୍ରାରମ୍ଭିକ ଭାବେ କେବଳ ପ୍ରେମ କାବ୍ୟ ରଚନା ଆରମ୍ଭ କରିଥିଲେ ମଧ୍ୟ ପରେ ତାଙ୍କ ରଚନାଗୁଡ଼ିକ ଅଧିକ ଲୋକାଦୃତି ଲାଭ କରିଥିଲା ଓ ସେ ନିଜ ସମକାଳୀନ କବିମାନଙ୍କ ମଧ୍ୟରେ ଜଣାଶୁଣା ଥିଲେ ।
ବରାହମିହିର (ସନ ୫୦୫- ସନ ୫୮୭) ହେଉଛନ୍ତି ଜଣେ ମହାନ୍ ଭାରତୀୟ ଗଣିତଜ୍ଞ, ଜ୍ୟୋତିର୍ବିଦ ଓ ଖଗୋଳ ବିଜ୍ଞାନୀ। ସେ କେବଳ ବରାହ ବା ମିହିର ଭାବେ ମଧ୍ୟ ପରିଚିତ। ତାଙ୍କର ଜନ୍ମ ଉଜ୍ଜୟିନୀରେ ହୋଇଥିଲା ।ପିତା ଆଦିତ୍ୟଦାସଙ୍କ ଠାରୁ ପାରମ୍ପାରିକ ଗଣିତ ଏବଂ ଜ୍ୟୋତିଷ ଶାସ୍ତ୍ର ଅଧ୍ୟୟନ କରି ସେଥିରେ ଅନେକ ସଂସ୍କାର ଆଣିଥିଲେ। ଗୁପ୍ତ ସାମ୍ରାଜ୍ୟର ବିକ୍ରମାଦିତ୍ୟ(ଚନ୍ଦ୍ରଗୁପ୍ତ-୨ୟ)ଙ୍କ ରାଜସଭାରେ ସେ ନବରତ୍ନଙ୍କ ମଧ୍ୟରେ ସ୍ଥାନ ପାଇଥିଲେ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ୱାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ୱାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
କଲେରା ମାନବ କ୍ଷୁଦ୍ର ଅନ୍ତନଳୀରେ ଜୀବାଣୁ ଭିବ୍ରିଓ କଲେରିର କେତେକ ପ୍ରଜାତିଦ୍ୱାରା ହେଉଥିବା ରୋଗର ନାମ । ଓଡ଼ିଆରେ ଏହାକୁ ବିସୂଚିକା, ଓଲାଉଠା, ମହାମାରୀ ଓ ହଇଜା ନାମ ମଧ୍ୟ ଦିଆଯାଇଛି । ଏହାର ଲକ୍ଷଣ: ସାମାନ୍ୟରୁ ଗମ୍ଭୀର ଧରଣର ହୋଇପାରେ, କିଛି ବି ନ ହୋଇପାରେ । ସ୍ୱାଭାବିକ ଲକ୍ଷଣ ମଧ୍ୟରେ ବହୁତ ପରିମାଣର ପାଣିଭଳି ତରଳ ଝାଡ଼ା କିଛି ଦିନ ହୁଏ । ବାନ୍ତି ଓ ମାଂସପେଶୀ କ୍ରାମ୍ପ ହୋଇପାରେ । ଅତ୍ୟଧିକ ତରଳ ଝାଡ଼ା ହେଲେ କିଛି ଘଣ୍ଟା ମଧ୍ୟରେ ଗମ୍ଭୀର ନିର୍ଜଳନ ଓ ଇଲେକ୍ଟ୍ରୋଲାଇଟ ଅସନ୍ତୁଳନ ହୁଏ । ଏହାଦ୍ୱାରା ଆଖି କୋଟରଗତ ହୁଏ, ଚର୍ମ ଥଣ୍ଡା ହୁଏ ତଥା ଇଲାସ୍ଟିସିଟି କମିଯାଏ ଏବଂ ହାତ ଓ ପାଦର ଚର୍ମ କୁଞ୍ଚିତ ହୋଇଯାଏ । ନିର୍ଜଳନ ଯୋଗୁ ଚର୍ମ ନୀଳ ହୋଇଯାଏ ଯାହାକୁ ସ୍ୟାନୋସିସ (cyanosis) କୁହାଯାଏ । ଜୀବାଣୁ ପ୍ରବେଶ ପରଠାରୁ ୨ ଘଣ୍ଟାରୁ ୫ ଦିନ ମଧ୍ୟରେ ଲକ୍ଷଣ ପ୍ରକାଶ ପାଏ । ଅନେକ ପ୍ରକାର ଭିବ୍ରିଓ କଲେରି ଜୀବାଣୁର ପ୍ରଜାତିଦ୍ୱାରା କଲେରା ରୋଗ ହୁଏ; କେତେକ ପ୍ରଜାତି ଅନ୍ୟ ପ୍ରଜାତି ଅପେକ୍ଷା ଗମ୍ଭୀର ଧରଣର ରୋଗ କରନ୍ତି । ଅଧିକାଂଶ କ୍ଷେତ୍ରରେ ଜଳ ଓ ଖାଦ୍ୟରେ ଜୀବାଣୁ ମିଶ୍ରିତ ମଳ ଅପମିଶ୍ରିତ ଥିଲେ ଏହି ରୋଗ ବ୍ୟାପେ । ଉତ୍ତମରୁପେ ରନ୍ଧାଯାଇନଥିବା ସାମୁଦ୍ରିକ ଖାଦ୍ୟ ଏହି ରୋଗର ସାଧାରଣ ଉତ୍ସ । ମାନବ ଏକମାତ୍ର ପ୍ରାଣୀ ଯାହାକୁ ଏହି ରୋଗ ହୁଏ । ଅପରିଚ୍ଛନତା, ଅଶୁଦ୍ଧ ପାନୀୟ ଜଳ ଓ ଦାରିଦ୍ର୍ୟ ଯୋଗୁ ଏହି ରୋଗ ସଙ୍କଟ ସୃଷ୍ଟି ହୁଏ । ମଳ ପରୀକ୍ଷା କରି ଏହି ରୋଗ ନିର୍ଣ୍ଣୟ କରାଯାଏ । ଶୀଘ୍ର ନିର୍ଣ୍ଣୟ ନିମନ୍ତେ ଡିପସ୍ଟକ ପରୀକ୍ଷା ମିଳୁଛି କିନ୍ତୁ ଏହା ସଠିକ ନୁହେଁ । ଉନ୍ନତ ପରିଚ୍ଛନ୍ନତା ଓ ବିଶୁଦ୍ଧ ଜଳ ଯୋଗାଣଦ୍ୱାରା ଏହି ରୋଗ ପ୍ରତିରୋଧ କରାଯାଇପାରିବ । କଲେରା ଟିକା ପାଟିରେ ଦିଆହୋଇଥିଲେ ପ୍ରାୟ ୬ମାସ ଧରି ସୁରକ୍ଷା ଦିଏ । ଏହାଦ୍ୱାରା ତରଳ ଝାଡ଼ା କରାଉଥିବା ଅନ୍ୟ ଏକ ଜୀବାଣୁ ଇ.
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ସ୍କନ୍ଦ ପୁରାଣ, ପୁରାଣ ମାନଙ୍କରେ ସବୁଠାରୁ ବଡ଼ ପୁରାଣ ଅଟେ । ଏହି ପୁରାଣରେ ୮୮୧୦୦ ଶ୍ଲୋକ ଅଛି । ଏହି ପୁରାଣକୁ ସ୍କନ୍ଦ, ଶିବ ଓ ପାର୍ବତୀଙ୍କ ପୁତ୍ର କାର୍ତ୍ତିକେୟ କହିଥିବାରୁ ଏହାର ନାମ ତାଙ୍କ ଅନୁସାରେ ସ୍କନ୍ଦ ଦିଆଯାଇଥିଲା । ଏହା ସାତଟି ଖଣ୍ଡରେ ବିଭକ୍ତ ଅଟେ - ମହେଶ୍ୱର, ବୈଷ୍ଣବ, ବ୍ରହ୍ମା, କାଶୀ, ଅବନ୍ତି, ନଗର ଓ ପ୍ରଭାସ । କାର୍ତ୍ତିକ ଦେବତାଙ୍କ ସେନାକୁ ନିୟନ୍ତ୍ରଣ କରୁଥିଲେ ଓ ତାଡ଼କାସୁରକୁ ମାରିଥିଲେ । ସଂସ୍କୃତ ପୁରାଣମାନଙ୍କ ମଧ୍ୟରୁ କେବଳ ସ୍କନ୍ଦ ପୁରାଣର ଉତ୍କଳ ଖଣ୍ଡ (ବା ପୁରୁଷୋତ୍ତମ କ୍ଷେତ୍ର ମାହାତ୍ମ୍ୟ)ରେ ପୁରୁଷୋତ୍ତମ କ୍ଷେତ୍ର ମାହାତ୍ମ୍ୟର ବିଷୟବସ୍ତୁ ଓ ମହାପ୍ରଭୁ ଜଗନ୍ନାଥ ଚରିତର ତୁଳନାତ୍ମକ ଭାବରେ ବିସ୍ତୃତ ବର୍ଣ୍ଣନା ରହିଛି । ମହର୍ଷି ବ୍ୟାସଦେବ ସ୍କନ୍ଦ ପୁରାଣର ପ୍ରଣେତା ହେଲେ ହେଁ ଉତ୍କଳ ଖଣ୍ଡର ରଚନା ପରବର୍ତ୍ତୀ କାଳରେ ହୋଇଥିବା ଜଣାଯାଏ । ବିଦ୍ୱାନ ଲେଖକ ତଥା ଗବେଷକମାନଙ୍କ ମତକୁ ବିଚାରକୁ ନେଇ ଏହି ଖଣ୍ଡର ରଚନାକାଳ ୮୦୦ରୁ ୧୩୦୦ ଖ୍ରୀଷ୍ଟାବ୍ଦ ମଧ୍ୟରେ ସ୍ଥିର କରାଯାଇପାରେ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।