ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ରୋଶ୍ନୀ ସିଂହ ଦେଓ (ଜନ୍ମ: ୧୦ ମାର୍ଚ୍ଚ ୧୯୪୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଜନତା ଦଳ ଏବଂ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ଓଡ଼ିଶା ବିଧାନ ସଭାର ଯଥାକ୍ରମେ ୧୧ଶ ଓ ୧୨ଶ ସଭାକୁ ନିର୍ବାଚିତ ହୋଇଥିଲେ । ସେ ଓଡ଼ିଶା ବିଧାନ ସଭାର ୧୧ଶ ସଭାରେ ୧୯୯୫ ମସିହାରୁ ୨୦୦୦ ମସିହାଯାଏଁ ଏବଂ ୧୨ଶ ବିଧାନ ସଭାରେ ୨୦୦୦ ମସିହାରୁ ୨୦୦୪ ମସିହାରେ ବିଜୁ ଜନତା ଦଳର ସରକାର ଭଙ୍ଗ ହେବା ପର୍ଯ୍ୟନ୍ତ କୋକସରା ବିଧାନ ସଭା ନିର୍ବାଚନ ମଣ୍ଡଳୀର ବିଧାୟିକା ଭାବରେ କାର୍ଯ୍ୟ କରିଥିଲେ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ବରାହମିହିର (ସନ ୫୦୫- ସନ ୫୮୭) ହେଉଛନ୍ତି ଜଣେ ମହାନ୍ ଭାରତୀୟ ଗଣିତଜ୍ଞ, ଜ୍ୟୋତିର୍ବିଦ ଓ ଖଗୋଳ ବିଜ୍ଞାନୀ। ସେ କେବଳ ବରାହ ବା ମିହିର ଭାବେ ମଧ୍ୟ ପରିଚିତ। ତାଙ୍କର ଜନ୍ମ ଉଜ୍ଜୟିନୀରେ ହୋଇଥିଲା ।ପିତା ଆଦିତ୍ୟଦାସଙ୍କ ଠାରୁ ପାରମ୍ପାରିକ ଗଣିତ ଏବଂ ଜ୍ୟୋତିଷ ଶାସ୍ତ୍ର ଅଧ୍ୟୟନ କରି ସେଥିରେ ଅନେକ ସଂସ୍କାର ଆଣିଥିଲେ। ଗୁପ୍ତ ସାମ୍ରାଜ୍ୟର ବିକ୍ରମାଦିତ୍ୟ(ଚନ୍ଦ୍ରଗୁପ୍ତ-୨ୟ)ଙ୍କ ରାଜସଭାରେ ସେ ନବରତ୍ନଙ୍କ ମଧ୍ୟରେ ସ୍ଥାନ ପାଇଥିଲେ।
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣୀ ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
ଶ୍ରୀନିବାସ ରାମାନୁଜନ FRS ( pronunciation ) (୨୨ ଡିସେମ୍ବର ୧୯୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ ’ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ବିଶ୍ୱନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କ ଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ଭେନଲାଫାକ୍ସିନ (ଇଂରାଜୀ ଭାଷାରେ Venlafaxine, ଏକ ବିକ୍ରୟ ନାମ ଏଫେକ୍ସର/ Effexor) ଏକ ସେରୋଟୋନିନ-ନରଏପିନେଫ୍ରିନ ରିଅପଟେକ ଇନହିବିଟର (serotonin-norepinephrine reuptake inhibitor/ SNRI) ଶ୍ରେଣୀର ଏକ ଅବସାଦରୋଧୀ ଔଷଧ । ପ୍ରମୁଖ ଅବସାଦ ବେମାରୀ/ MDD), ଜେନେରାଲାଇଜଡ ଅଙ୍ଗଜାଇଟି ଡିଜଅର୍ଡ଼ର (generalized anxiety disorder/ GAD), ପ୍ୟାନିକ ଡିଜଅର୍ଡ଼ର ଓ ସୋସିଆଲ ଫୋବିଆ (social phobia) ଇତ୍ୟାଦି ରୋଗମାନଙ୍କ ଚିକିତ୍ସାରେ ଏହା ଦିଆଯାଏ । ପାଟିରେ ଏହି ଔଷଧ ଦିଆଯାଏ । ଭେନଲାଫାକ୍ସିନର ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟାରେ ଅରୁଚି, କୋଷ୍ଠକାଠିନ୍ୟ, ଶୁଷ୍କ ପାଟି, ଓଜନିଆ ମୁଣ୍ଡ, ଝାଳ ବୋହିବା ଓ ଯୌନ ସମସ୍ୟା ଆଦି ଦେଖାଯାଏ । ପାର୍ଶ୍ୱ ପ୍ରତିକ୍ରିୟା ସାଂଘାତିକ ହେଲେ ଆତ୍ମହତ୍ୟା ସଙ୍କଟ, ମାନିଆ (mania) ଓ ସେରୋଟୋନିନ ସିଣ୍ଡ୍ରୋମ ଇତ୍ୟାଦି ହୋଇପାରେ । ଔଷଧ ହଠାତ ବନ୍ଦ କରିଦେଲେ ଆଣ୍ଟିଡିପ୍ରେସାଣ୍ଟ ଉଇଥଡ୍ରଆଲ ସିଣ୍ଡ୍ରୋମ (Antidepressant withdrawal syndrome) ହୋଇପାରେ । ଗର୍ଭାବସ୍ଥାର ଶେଷ ଭାଗରେ ଏହା ଦେଲେ ଶିଶୁର କ୍ଷତି ହୋଇପାରେ । ଏହାର କାର୍ଯ୍ୟବିଧି ସ୍ପଷ୍ଟ ନହେଲେ ମଧ୍ୟ ମସ୍ତିଷ୍କର ନିଉରୋଟ୍ରାନ୍ସମିଟରରେ (neurotransmitter) ପରିବର୍ତ୍ତନ ଯୋଗୁ ହେଉଥିବା ବିଶ୍ୱାସ କରାଯାଏ ।ଯୁକ୍ତରାଷ୍ଟ୍ର ଆମେରିକାରେ ସନ ୧୯୯୩ରେ ଡାକ୍ତରୀ ବ୍ୟବହାର ନିମନ୍ତେ ଭେନଲାଫାକ୍ସିନ ସ୍ୱୀକୃତ ହୋଇଥିଲା । ଏହା ଜେନେରିକ ଔଷଧ ନାମରେ (generic medication) ବିକ୍ରୟ ହୁଏ । ସନ ୨୦୧୮ରେ ଯୁକ୍ତରାଷ୍ଟ୍ର ଆମେରିକାରେ ଏକ ଡୋଜର ହୋଲସେଲ ମୂଲ୍ୟ ୦.୨୦ ଡଲାରରୁ କମ୍ ଥିଲା । ସନ ୨୦୧୬ରେ ଏହାର ୧୫ ନିୟୁତ ପ୍ରେସକ୍ରିପସନ ହୋଇ ସର୍ବାଧିକ ପ୍ରେସକ୍ରିପସନ ତାଲିକାରେ ୫୧ତମ ସ୍ଥାନ ଅଧିକାର କରିଥିଲା ।
ନିପା ଭାଇରସ ସଂକ୍ରମଣ (NiV) ନିପା ଭାଇରସ ଯୋଗୁ ହେଉଥିବା ଏକ ଭାଇରାଲ ସଂକ୍ରମଣ । ଏହାର ଲକ୍ଷଣ କୌଣସି ଲକ୍ଷଣ ନ ଥିବାଠାରୁ ଜ୍ୱର, କାଶ, ମୁଣ୍ଡ ବିନ୍ଧା, ଅଣନିଶ୍ୱାସୀ ହେବା, ଓ ଦ୍ୱନ୍ଦ ହୋଇପାରେ । ଏହା ବେଶୀ ହେଲେ ଦିନେ ବା ଦୁଇ ଦିନରେ କୋମାରେ ପରିବର୍ତ୍ତିତ ମଧ୍ୟ ହୋଇପାରେ । ରୋଗରୁ ମୁକୁଳିବା ସମୟରେ ମସ୍ତିଷ୍କ ପ୍ରଦାହ ଓ ଅପସ୍ମାର ଗ୍ରହଣ ଭଳି ଜଟିଳତା ପରିଲକ୍ଷିତ ହୋଇପାରେ ।ନିପା ଭାଇରସ ହେପାନିପାଭାଇରସ ପ୍ରଜାତିର ଏକ ପ୍ରକାରର ଆର.ଏନ.ଏ.
ଗାଲିଲିଓଙ୍କ ଜନ୍ମ , ପିସାଠାରେ (ଫେବ୍ରୁୟାରୀ ୧୫ , ୧୫୬୪) ହେଇଥିଲା । (ଠିକ ସେହି ବର୍ଷ ୱିଲିୟମ ସେକ୍ସପିଅରଙ୍କ ମଧ୍ୟ ଜନ୍ମ ହୋଇଥିଲା) ଗାଲିଲିଓ ନିଜ ଛଅ ଭାଇ ଓ ଭଉଣୀଙ୍କ ଭିତରେ ବଡ ଥିଲେ । ଗାଲିଲିଓଙ୍କ ପିତା, ଭିନସେଞ୍ଜୋ ଗାଲିଲି (Vincenzo Galilei), ଇଟାଲୀର ପିସାଠାରେ ପଶମ ବ୍ୟବସାୟ କରୁଥିଲେ । ସମ୍ଭ୍ରାନ୍ତ ବଂଶରେ ଜନ୍ମ ହୋଇ ସୁଦ୍ଧା, ଆର୍ଥିକ ଅନଟନ ଯୋଗୁଁ ତାଙ୍କ ପିତା କୁଳ ଗୌରବ ରକ୍ଷାକରି ନପାରି ସଙ୍ଗୀତ ରଚନା କରି ପରିବାର ପରିପୋଷଣ କରୁଥାନ୍ତି । ଶେଷରେ ସେ ବ୍ୟବସାୟରେ ପଶିଲେ । ଗାଲିଲିଓ ସେତେବେଳେ ଛୋଟପିଲା ହୋଇଥିଲେ ମଧ୍ୟ ସଙ୍ଗୀତକୁ ଆଦରି ନେଲେ । ବଂଶୀ ବଜାଇ ଓ ଗୀତଗାଇ ସେ ସମସ୍ତଙ୍କୁ ମୁଗ୍ଧ କରି ଦେଉଥିଲେ । ସେ ଚିତ୍ର ଅଙ୍କିବାରେ ପାରଦର୍ଶୀ ଥିଲେ । ପିଲାଙ୍କ ପାଇଁ ଖେଳଣା ଓ କଣ୍ଢେଇ ମଧ୍ୟ ତିଆରି କରୁଥିଲେ । ଯିଏ ଦେଖୁଥିଲା ତାଙ୍କ ହାତର ପ୍ରଶଂସା ନକରି ରହିପାରୁନଥିଲା ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ୱାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ୱର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ୱର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ୱାରା ପରିଚାଳିତ ହେଉଛି । ବାମାପଦ ତ୍ରିପାଠୀ ଏବେ ସମାଜର ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ସାଇନୁସାଇଟିସ ବା ସାଇନସ ସଂକ୍ରମଣ ବା ରାଇନୋସାଇନୁସାଇଟିସ, ଇଂରାଜୀରେ Sinusitis ବା sinus infection ବା rhinosinusitis, ଏକ ରୋଗ ଯେଉଁଥିରେ ସାଇନସର ପ୍ରଦାହ ହୁଏ । ଚିହ୍ନ ଓ ଲକ୍ଷଣ: ସାଧାରଣତଃ ନାକରୁ ବହଳିଆ ସ୍ରାବ ହୁଏ, ନାକ ବନ୍ଦ ହୋଇଯାଏ ଓ ମୁହଁରେ ଯନ୍ତ୍ରଣା ହୁଏ । ଜ୍ୱର, ମୁଣ୍ଡବଥା, କମ ଘ୍ରାଣଶକ୍ତି ତଣ୍ଟି ଘାଆ ଓ କାଶ ଇତ୍ୟାଦି ଲକ୍ଷଣ ମଧ୍ୟ ପ୍ରକାଶ ପାଏ । ରାତିରେ ଅଧିକ କାଶ ହୁଏ । କ୍ୱଚିତ ଜଟିଳତା ହୁଏ । ଚାରି ସପ୍ତାହରୁ କମ ହୋଇଥିଲେ ଏହାକୁ ଆକ୍ୟୁଟ ରାଇନୋସାଇନୁସାଇଟିସ (ଏଆରଏସ) ଓ ୧୨ ସପ୍ତାହରୁ ଅଧିକ ହେଲେ କ୍ରନିକ ରାଇନୋସାଇନୁସାଇଟିସ (ସିଆରଏସ) କୁହାଯାଏ । ସଂକ୍ରମଣ ବା ଆଲର୍ଜି ବା ବାୟୁ ପ୍ରଦୁଷଣ ଓ ଗଠନ ଅସୁବିଧା ଯୋଗୁ ଏହି ରୋଗ ହୋଇପାରେ । ଭୁତାଣୁ ସଂକ୍ରମଣ ଯୋଗୁ ଅଧିକାଂଶ ରୋଗ ହୁଏ । ରୋଗ ଲକ୍ଷଣ ୧୦ ଦିନରୁ ଅଧିକ ରହିଲେ ବା ଭଲ ହୋଇ ଆସୁଥିବା ବେଳେ ଖରାପ ଦିଗକୁ ଗତି କଲେ ଜୀବାଣୁ ସଂକ୍ରମଣ ଯୋଗୁ ହେବା ସନ୍ଦେହ କରାଯାଏ । ଆଜମା, ସିସ୍ଟିକ ଫାଇବ୍ରୋସିସ ଓ ଇମ୍ମ୍ୟୁନିଟି ଆଭାବ ଥିଲେ ଏହି ରୋଗ ବାରମ୍ବାର ହୁଏ । କୌଣସି ଜଟିଳତା ସନ୍ଦେହ ନ ଥିଲେ ଏକ୍ସ-ରେ କରିବା ଅନାବଶ୍ୟକ । କ୍ରନିକ ରୋଗ କେଶ ସିଟି ସ୍କାନ ବା ସ୍ୱଚକ୍ଷୁରେ ଦର୍ଶନ କରି ନିଧାର୍ଯ୍ୟ କରାଯାଏ । ଉତ୍ତମରୂପେ ହାତ ଧୋଇଲେ, ଧୂମ୍ରପାନ ବର୍ଜନ କଲେ ଓ ଟିକା ନେଲେ ଏହି କେତେକାଂଶରେ ଏହି ରୋଗକୁ ପ୍ରତିରୋଧ କରିହେବ । ଯନ୍ତ୍ରଣା ନିବାରକ ଔଷଧ ଔଷଧ ଯେପରିକି ନାପ୍ରୋକ୍ସେନ, ଆଘ୍ରାଣ ସ୍ଟିରଏଡ ଓ ନାକ ଜଳସେଚନ କରି ଲକ୍ଷଣ ଲାଘବ କରାଯାଏ । ଜଟିଳତା ବିହୀନ ଏଆରଏସ ରୋଗକୁ ଆଣ୍ଟିବାୟୋଟିକ ସହିତ ବା ବ୍ୟତୀତ ଚିକିତ୍ସା କରାଯାଇପାରିବ । ୭ ଦିନ ଚିକିତ୍ସା ସତ୍ତ୍ୱେ ଉପସମ ନ ହେଲେ ଆଣ୍ଟିବାୟୋଟିକ ଆରମ୍ଭ ବା ପରିବର୍ତ୍ତନ କରାଯାଏ । ପ୍ରଥମ ପସନ୍ଦ ଭାବେ ଆଣ୍ଟିବାୟୋଟି ହେଲା ଆମୋକ୍ସିସିଲିନ ବା ଆମୋକ୍ସିସିଲିନ କ୍ଲାଭୁଲାନେଟ ଦିଆଯାଏ । କ୍ରନିକ ରୋଗ ଥିଲେ ବେଳେବେଳେ ଅପରେଶନ କରାଯାଏ । ସାଇନୁସାଇଟିସ ଏକ ସାଧାରଣ ରୋଗ । ଆମେରିକା ଓ ୟୁରୋପରେ ୧୦ %ରୁ ୩୦ % ଲୋକଙ୍କୁ ଏହି ରୋଗ ହୁଏ । ପୁରୁଷଙ୍କ ଅପେକ୍ଷା ମହିଳାମାନଙ୍କୁ ଏହି ରୋଗ ଅଧିକ ହୁଏ । କ୍ରନିକ ସାଇନୁସାଇଟିସ ପ୍ରାୟ ୧୨.୫ % ଲୋକଙ୍କୁ ହୁଏ । ଏହାର ଚିକିତ୍ସା ନିମନ୍ତେ ଆମେରିକାରେ ବାର୍ଷିକ ୧୧ ବିଲିଅନ ଆମେରିକିୟ ଡଲାର ଖର୍ଚ୍ଚ ହୁଏ ।
ବିନୋଦ ଚନ୍ଦ୍ର ନାୟକ(୨ ସେପ୍ଟେମ୍ବର ୧୯୧୯ - ୧୫ ନଭେମ୍ବର ୨୦୦୩ ) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ସାହିତ୍ୟିକ ଥିଲେ । ଗତାନୁଗତିକ ଧାରାରୁ ବାହାରି ଆଧୁନିକତା ସଙ୍ଗେ ରୋମାଣ୍ଟିକ ଚିନ୍ତାଧାରାର ସମ୍ମିଶ୍ରଣ ତାଙ୍କ କବିତାର ବିଶେଷତା ଥିଲା । କବିତା ସଂକଳନ ସରୀସୃପ ପାଇଁ ସେ ୧୯୭୦ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନିତ ହୋଇଥିଲେ । ତାଙ୍କ କବିତା ସାରା ଦେଶରେ ଆଦୃତ ହୋଇଛି ଓ ବହୁ ଭାଷାରେ ଅନୁବାଦିତ ହୋଇଛି । ତାଙ୍କର କୃତି ସମୂହ ଉପରେ ଅନେକ ବିଦ୍ୟାର୍ଥୀ ଉଚ୍ଚତର ଗବେଷଣା କରି ଡକ୍ଟରେଟ ଉପାଧି ପାଇଛନ୍ତି ।
ଝାନସୀର ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ୱାଧୀନତା ସଂଗ୍ରାମର ଜଣେ ନାୟିକା । ସ୍ୱଦେଶ ଓ ସ୍ୱଜାତିକୁ ପରାଧୀନତାର ଶକ୍ତ ବନ୍ଧନରୁ ମୁକ୍ତ କରିବା ପାଇଁ ଯେଉଁ ନାରୀମାନେ ଆଗକୁ ମାଡି ଆସିଥିଲେ ସେମାନଙ୍କ ମଧ୍ୟରେ ଲକ୍ଷ୍ମୀବାଈ ଅଗ୍ରଗଣ୍ୟା। ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗ ଚାଳନା, ଅଶ୍ୱାରୋହଣ, ବିଭିନ୍ନ୍ ପ୍ରକାର ଶାରୀରିକ ବ୍ୟାୟମ,ଦୁର୍ଦ୍ଦାନ୍ତ ହସ୍ତୀ ମାନଙ୍କୁ ଆୟତ କରିବା ଆଦି ପୁରୁଷ ସୁଲଭ କଳାରେ ସେ ପାରଙ୍ଗମ ଥିଲେ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଛ ମାଣ ଆଠ ଗୁଣ୍ଠ ହେଉଛି ଫକୀର ମୋହନ ସେନାପତିଙ୍କର ଲିଖିତ ଉପନ୍ୟାସ। ୧୮୯୭ରେ ପ୍ରଥମେ ଏହା ଧାରାବାହିକ ଭାବରେ ଉତ୍କଳ ସାହିତ୍ୟ ପତ୍ରିକାରେ ପ୍ରକାଶିତ ହୋଇଥିଲା। ଫକୀର ମୋହନ ଏହାକୁ ଧୂର୍ଜଟି ଛଦ୍ମନାମରେ ପ୍ରକାଶ କରାଇଥିଲେ। ସେତେବେଳର ସାଧାରଣ ଜୀବନ ଉପରେ ଆଧାରିତ ଏହା ଏକ ବାସ୍ତବଧର୍ମୀ ଉପନ୍ୟାସ ଥିଲା। ଏପରିକି କିଛି ଲୋକ ଏହି କାହାଣୀକୁ ସତ ବୋଲି ମଧ୍ୟ ବିଚାର କରୁଥିଲେ। ୧୯୮୬ରେ ପାର୍ବତୀ ଘୋଷ ଉପନ୍ୟାସକୁ ଆଧାର କରି ଓଡ଼ିଆ ଚଳଚ୍ଚିତ୍ର ନିର୍ମାଣ କରିଥିଲେ।
ରଘୁନାଥ ମୁର୍ମୁ (୧୮ ମଇ ୧୯୦୫ – ୧ ଫେବୃଆରୀ ୧୯୮୨) ଜଣେ ଭାଷା ଓ ଲିପି ଗବେଷକ ଥିଲେ । ସେ ପ୍ରଥମ କରି ଅଲ ଚିକି ଲିପି ତିଆରି କରିଥିବାରୁ ଏହି ଲିପିର ଜନକ ନାମରେ ମଧ୍ୟ ଜଣାଶୁଣା । ଏଥି ନିମନ୍ତେ ତାଙ୍କୁ ସାନ୍ତାଳୀ ଭାଷାଭାଷୀ ଲୋକେ ଆଦରରେ "ଗୁରୁ ଗୋମକେ' ବୋଲି ମଧ୍ୟ ଡାକିଥାନ୍ତି । ଅଲ ଚିକି ବହୁବିଧ ନାମ ଯଥା ଅଲ ସେମେଟ ("ପ୍ରଣାଳୀ"), ଅଲ ସିକି, ଅଲ ଓ ବେଳେବେଳେ ସାନ୍ତାଳୀ ଅକ୍ଷର ବୋଲି ଜଣାଶୁଣା । ୧୯୨୫ରେ ଏହି ଲିପି ସାନ୍ତାଳୀ ଭାଷା ଲେଖିବା ନିମନ୍ତେ ଭାରତ ଓ ଅନ୍ୟାନ୍ୟ ଦେଶରେ ବ୍ୟବହାର କରାଗଲା । ସେ ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡର ସାନ୍ତାଳୀ ଜନଜୀବନରେ ଉନ୍ନତି ଆଣିବା ନିମନ୍ତେ ଅନେକ କାମ କରିଥିଲେ । ରଘୁନାଥ ମୁର୍ମୁଙ୍କ ଅବଦାନକୁ ପଶ୍ଚିମବଙ୍ଗ ସରକାର ସ୍ୱୀକାର କରିଛନ୍ତି ଏବଂ ତାଙ୍କ ସ୍ମୃତିରେ ୧୯୮୬ ମସିହାରେ ପଶ୍ଚିମବଙ୍ଗର ବାଙ୍କୁରା ଜିଲ୍ଲାର ଜାମବାଣୀଠାରେ ପଣ୍ଡିତ ରଘୁନାଥ ମୁର୍ମୁ ସ୍ମୃତି ମହାବିଦ୍ୟାଳୟ ଓ ୨୦୦୭ ମସିହାରେ ମୁର୍ସିଦାବାଦଠାରେ କଲ୍ୟାଣୀ ବିଶ୍ୱବିଦ୍ୟାଳୟ ଅଧିନରେ ଏକ ଶିକ୍ଷକ ପ୍ରଶିକ୍ଷଣ ମହାବିଦ୍ୟାଳୟ ପ୍ରତିଷ୍ଠା କରାଯାଇଛି । ଓଡ଼ିଶା ସରକାର ମଧ୍ୟ ରାଜ୍ୟର ପଞ୍ଚମ ମେଡିକାଲ କଲେଜକୁ ତାଙ୍କ ନାମରେ ନାମିତ କରିଛନ୍ତି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ୱାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ୱର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ୱର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ୱାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ୱତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଓଡ଼ିଶାରେ ଫଗୁ ଦଶମୀରୁ ଦୋଳ ଯାତ୍ରା ଆରମ୍ଭ ହୋଇଥାଏ । ଏହାର ଗୁରୁତ୍ୱ ବୈଷ୍ଣବ ଧର୍ମ ପରମ୍ପରାର ପ୍ରଚାର ଓ ପ୍ରସାର ସହିତ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ତେବେ ଏହା ମୁଖ୍ୟତଃ ଗ୍ରାମ ଗ୍ରାମ ମଧ୍ୟରେ, ଗୋଷ୍ଠୀ ଗୋଷ୍ଠୀ ମଧ୍ୟରେ, ବ୍ୟକ୍ତି ବ୍ୟକ୍ତି ମଧ୍ୟରେ ଏକ ସ୍ନେହ, ସଦ୍ଭାବ ଓ ପାରମ୍ପାରିକ ସୌହାର୍ଯ୍ୟର ପରିଚାୟକ ପର୍ବ ଭାବରେ ପାଳିତ ହୋଇଥାଏ । ପୃଥିବୀରେ ନୂତନ ଶିହରଣ ଜଗାଇ ପାରିବା ଭଳି ଶକ୍ତିରେ ଶକ୍ତିମନ୍ତ ଋତୁରାଜ ବସନ୍ତକୁ ସ୍ୱାଗତ ଜଣାଇବା ପାଇଁ ଦୋଳଯାତ୍ରାର ଆୟୋଜନ ବୋଲି ଗ୍ରହଣ କରାଯାଇଥାଏ। ଦ୍ୱାଦଶ ଶତାବ୍ଦୀର ଓଡ଼ିଆ ଜ୍ୟୋତିର୍ବିଦ ଶତାନନ୍ଦଙ୍କ ରଚିତ ଶତାନନ୍ଦ ସଂଗ୍ରହରେ ଦୋଳଯାତ୍ରା ସଂପର୍କରେ ବିଭିନ୍ନ ବର୍ଣ୍ଣନାରୁ ସ୍ପଷ୍ଟ ଅନୁମିତ ହୁଏ ଯେ ଅତି କମରେ ଦୀର୍ଘ ଆଠଶହ ବର୍ଷ ତଳୁ ଓଡ଼ିଶାରେ ଦୋଳଯାତ୍ରା ପାଳିତ ହୋଇ ଆସୁଛି । ସାଧାରଣତଃ ଏହି ଯାତ୍ରା ପାଞ୍ଚଦିନ ପାଇଁ ମହାସମାରୋହରେ ପାଳିତ ହୋଇ ରଜଦୋଳ ବା ପଞ୍ଚୁଦୋଳ ନାମରେ ନାମିତ ହୋଇଥାଏ । କେତେକ ସ୍ଥାନରେ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ଆରମ୍ଭ ହୋଇ ପାଞ୍ଚଦିନ ପର୍ଯ୍ୟନ୍ତ ପଞ୍ଚଦୋଳ ଭାବେ ଯାତ୍ରା ପାଳନ କରାଯିବାବେଳେ ଆଉ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନକୁ ପର୍ବର ଶେଷ ଦିବସ ରୂପେ ରଜଦୋଳ ନାମରେ ନାମିତ ହୋଇ ଏହି ଯାତ୍ରା ଶେଷହୁଏ । ଯେଉଁ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନରୁ ଆରମ୍ଭ ହୋଇ ଛଅଦିନ ପର୍ଯ୍ୟନ୍ତ ଏହି ପର୍ବ ପାଳିତ ହୋଇଥାଏ, ସେଠାରେ ଛଅଦୋଳ ଏବଂ ଯେଉଁଠି ନଅଦିନ ପର୍ଯ୍ୟନ୍ତ ପାଳନ କରାଯାଇପାରେ ସେଠାରେ ଏହାକୁ ନବଦୋଳ ବୋଲି କୁହାଯାଏ। ଅନେକ ସ୍ଥାନରେ ସାତଦିନ ଓ ଦଶଦିନ ଧରି ଦୋଳଯାତ୍ରା ଆୟୋଜିତ ହେବାର ଦୃଷ୍ଟାନ୍ତ ମଧ୍ୟ ରହିଛି ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ନରେନ୍ଦ୍ର ନାଥ ମିଶ୍ର, ଜଣେ ଓଡ଼ିଆ ପ୍ରାବନ୍ଧିକ ଓ ସାହିତ୍ୟ ସମାଲୋଚକ ଥିଲେ ।ନରେନ୍ଦ୍ର ନାଥ ୧୯୨୯ ମସିହାରେ ବାଲେଶ୍ୱର ଜିଲ୍ଲାର ଗିଲିଦା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟରୁ ଓଡ଼ିଆରେ ସ୍ନାତକ ଓ ସ୍ନାତକୋତ୍ତର ଲାଭ କରିଥିଲେ । ସେ ଶାନ୍ତିନିକେତନ ଓ ବିଶ୍ୱ ଭାରତୀ ବିଶ୍ୱବିଦ୍ୟାଳୟରେ ଗବେଷଣା କରିବା ପରେ ଜଣେ ଓଡ଼ିଆ ଅଧ୍ୟାପକ ଭାବରେ କାର୍ଯ୍ୟ ଆରମ୍ଭ କରିଥିଲେ । ୧୯୬୦ ମସିହାରେ ବିଶ୍ୱ ଭାରତୀ ବିଶ୍ୱବିଦ୍ୟାଳୟରେ ଜଣେ ସ୍ଥାୟୀ ଅଧ୍ୟାପକ ଭାବରେ ଯୋଗଦେଇ ୧୯୯୪ ମସିହାରେ ଅବସର ଗ୍ରହଣ କରିଥିଲେ । ଅଧ୍ୟାପନା ଛଡ଼ା, ସେ ଭାରତୀୟ ଜ୍ଞାନପୀଠ ଓଡ଼ିଆ ସମିତିର ଆବାହକ ଭାବରେ କାର୍ଯ୍ୟ କରିଥିଲେ । ସେ ଓଡ଼ିଆ ଭାଷା ବିଶାରଦ ଭାବରେ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗରେ ମଧ୍ୟ କାର୍ଯ୍ୟ କରିଥିଲେ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ସର୍ଦ୍ଦାର ବଲ୍ଲଭଭାଇ ପଟେଲ(୩୧ ଅକ୍ଟୋବର ୧୮୭୫-୧୫ ଡିସେମ୍ବର ୧୯୫୦) ଜଣେ ଭାରତୀୟ ଓକିଲ ଥିଲେ ଯିଏକି ଭାରତୀୟ ଜାତୀୟ କଂଗ୍ରେସର ସଭ୍ୟ ଥିଲେ । ସେ ଜଣେ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଭାରତର ସ୍ୱାଧିନତା ସଂଗ୍ରାମରେ ତାଙ୍କ ଭୁମିକା ଗୁରୁତ୍ୱାପୁର୍ଣ ଥିଲା । ସ୍ୱାଧୀନ ଭାରତର ସେ ପ୍ରଥମ ଉପ-ପ୍ରଧାନମନ୍ତ୍ରୀ ଥିଲେ । ସ୍ୱାଧୀନତା ସମୟରେ ବିନା ରକ୍ତପାତରେ ଭାରତର ପ୍ରାୟ ସମସ୍ତ ରାଜ୍ୟଗୁଡ଼ିକୁ ଏକାଠି କରିବା, ତାଙ୍କର ଦକ୍ଷତାର ପ୍ରମାଣ ଦିଏ । ତାଙ୍କର ଏହି ବଳିଷ୍ଠ ଅବଦାନ ନିମିତ୍ତ ତାଙ୍କୁ "ଲୌହ ମାନବ "ର ଉପାଧି ମିଳିଥିଲା । ତାଙ୍କର ସ୍ମୃତିରେ ୨୦୧୪ ମସିହାରୁ ପ୍ରତିବର୍ଷ ତାଙ୍କର ଜନ୍ମତିଥି ୩୧ ଅକ୍ଟୋବରକୁ ରାଷ୍ଟ୍ରୀୟ ଏକତା ଦିବସ ରୂପେ ପାଳନ ହୋଇ ଆସୁଅଛି । ୩୧ ଅକ୍ଟୋବର ୨୦୧୮ ତାରିଖରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କଦ୍ୱାରା ଦେଶବାସୀଙ୍କ ଉଦ୍ଦେଶ୍ୟରେ ପଟେଲଜିଙ୍କର ଏକ ୧୮୨ ମିଟର ପ୍ରତିମୂର୍ତ୍ତି ଉଦଘାଟନ କରିଥିଲେ । ଏହାକୁ ଏକତାର ପ୍ରତିମୂର୍ତ୍ତି ଭାବରେ ସମ୍ବୋଧନ କରାଯାଉଛି । ଏହା ଉଦଘାଟନ ସମୟରେ ବିଶ୍ୱର ସର୍ବୋଚ୍ଚ ପ୍ରତିମୂର୍ତ୍ତି ଥିଲା ।
ରୀତା ସାହୁ (ଜନ୍ମ: ୧୬ ଜୁନ ୧୯୭୧) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ୨୦୧୮ ମସିହାର ବିଜେପୁର ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ଓଡ଼ିଶା ବିଧାନ ସଭାର ୧୫ଶ ସଭାକୁ ନିର୍ବାଚିତ ହୋଇଥିଲେ । ଭାରତୀୟ ଜାତୀୟ କଂଗ୍ରେସର ପ୍ରତିନିଧି ଭାବରେ ବିଜେପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀର ବିଧାୟକ ଥିବା ତାଙ୍କ ପତି ସୁବଳ ସାହୁଙ୍କର ମୃତ୍ୟୁ ପରେ ସେଠାରେ ଉପ ନିର୍ବାଚନ ଅନୁଷ୍ଠିତ ହୋଇଥିଲା ଏବଂ ଏହି ନିର୍ବାଚନରେ ସେ ବିଜୁ ଜନତା ଦଳର ପାର୍ଥୀ ଭାବରେ ନିର୍ବାଚନ ଲଢ଼ି ବିଜୟୀ ହୋଇଥିଲେ ।
ଶ୍ରୀ ଅରବିନ୍ଦ (ବଙ୍ଗାଳୀ - শ্রী অরবিন্দ - Sri Ôrobindo) ହେଉଛନ୍ତି ଏକାଧାରରେ ଜଣେ ଯୋଗୀ, ଗୁରୁ, କ୍ରାନ୍ତିକାରୀ, ସ୍ୱାଧୀନତା ସଂଗ୍ରାମୀ, ଦାର୍ଶନିକ ତଥା କବି । ସେ ୧୫ ଅଗଷ୍ଟ ୧୮୭୨ ମସିହାରେ ଇଂରେଜ ଶାସନାଧୀନ ଭାରତର କଲିକତା ନଗରରେ ଭୂମିଷ୍ଠ ହୋଇଥିଲେ । ମାନବ ଜାତିର ପୂର୍ଣାଙ୍ଗ ଅଭ୍ୟୁଦୟ ସମ୍ବନ୍ଧରେ ନିଜର ଦର୍ଶନ ବିକଶିତ ହେବା ଆଗରୁ ସେ ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଯୋଗଦାନ କରି ସେ ଜଣେ ମହାନ ନେତା ହିସାବରେ ପରିଚିତ ହୋଇ ଅଛନ୍ତି। ସେ ସଶସ୍ତ୍ର ସଂଗ୍ରାମରେ ବିଶ୍ୱାସୀ ଥିଲେ । ଶ୍ରୀ ଅରବିନ୍ଦଙ୍କ ଦର୍ଶନର ମୂଳ ତତ୍ୱ ହେଉଛି ସାଧାରଣ ମାନବ ଜୀବନକୁ ଦିବ୍ୟ ଜୀବନରେ ରୂପାନ୍ତରଣ କରିବା । ସେ କହିଛନ୍ତି, ‘ମଣିଷ ହେଉଛି ଏକ ବିକାଶୋନ୍ମୁଖୀ ସତ୍ତା। ସେ ପୂର୍ଣ ବିକଶିତ ନୁହେଁ। ମାନସରୁ ଅତିମାନସ ପର୍ଯ୍ୟନ୍ତ ବିକାଶ ହେଉଛି ବିଶ୍ୱ ଚେତନା ଉତ୍ତରଣର ପରବର୍ତୀ ମାଇଲ ଖୁଣ୍ଟ । ଆଉ ଏହା ଅତି ଆବଶ୍ୟକ କାରଣ ଏହା ହେଉଛି ଅନ୍ତରାତ୍ମାର ମୂଳ ଉଦ୍ଦେଶ୍ୟ ଓ ନୈସର୍ଗିକ ନିୟମ।’ ଏହିପରି ଭାବରେ ଶ୍ରୀ ଅରବିନ୍ଦ ‘ମୁକ୍ତି’କୁ ଏକ ଭିନ୍ନ ରୂପରେ ପ୍ରତି ପାଦନ କରିଛନ୍ତି, ଯାହା ବୈୟକ୍ତିକ ନୁହେଁ ବରଂ ସାମଗ୍ରିକ, ସମ୍ପୂର୍ଣ ମାନବ ସମାଜର ଉତ୍ତରଣରେ ବିଶ୍ୱାସୀ। ପ୍ରାଚ୍ୟ ଓ ପାଶ୍ଚାତ୍ୟ ଦର୍ଶନ, ଧର୍ମ, ସାହିତ୍ୟ ଓ ମନୋବିଜ୍ଞାନର ସମନ୍ୱୟ ଶ୍ରୀ ଅରବିନ୍ଦଙ୍କ ଲେଖାରେ ଦେଖିବାକୁ ମିଳେ। ଶ୍ରୀ ଅରବିନ୍ଦଙ୍କ କୃତି ଭିତରେ ଦର୍ଶନ, କାବ୍ୟ, ବେଦ, ଉପନିଷଦ ଏବଂ ଗୀତା ଆଦିର ଅନୁବାଦ ଓ ଟୀକା, ନାଟକ, ସାମାଜିକ, ରାଜନୈତିକ ଓ ଐତିହାସିକ ସମାଲୋଚନା, ଆଧ୍ୟାତ୍ମିକ ଲେଖା, ପତ୍ର ପତ୍ରିକା ଓ ପତ୍ରାବଳୀ ଆଦି ଅନ୍ତର୍ଭୁକ୍ତ। ତାଙ୍କର ସାହିତ୍ୟିକ ସୃଷ୍ଟି ଦର୍ଶନ, କାବ୍ୟ ଓ ନାଟକୀୟତାରେ ଏକ ମଧୁର ସମନ୍ୱୟରେ ସୁଗଠିତ ଯାହା କିଞ୍ଚିତ୍ ଜଟିଳ, ଓ ସହଜରେ ବୋଧଗମ୍ୟ ନୁହେଁ। ତାଙ୍କର କତିପୟ ରଚନା ବଳି ନିମ୍ନରେ ପ୍ରଦତ୍ତ ହେଲା। ଦ ଲାଇଫ ଡିଭାଇନ The Life Divine (1940), ଦ ହ୍ୟୁମାନ ସାଇକଲ The Human Cycle (1949), ଦ ଆଇଡିଆଲ ଅଫ ହ୍ୟୁମାନ ୟୁନିଟି The Ideal of Human Unity (1949), ଅନ ଦି ବେଦ On the Veda (1956), କଲେକ୍ଟେଡ ପଏମସ ଏଣ୍ଡ ପ୍ଲେଜCollected Poems and Plays (1942), ଏସେଜ ଅନ ଦି ଗୀତାEssays on the Gita (1928), ଦ ସିନ୍ଥେସିସ ଅନ ଯୋଗ The Synthesis of Yoga (1948), and ସାବିତ୍ରୀ : ଏ ଲିଜେଣ୍ଡ ଏଣ୍ଡ ଏ ସିମ୍ବଲ Savitri: A Legend and a Symbol (1950).
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଚିନି - ସାଧାରଣତଃ ଏହାକୁ ନିତିଦିନିଆ ଖାଦ୍ୟରେ ବ୍ୟବହାର କରାଯାଏ । ଏହାର ସ୍ୱାଦ ମିଠା ଅଟେ । ମୁଖ୍ୟତ ଏଥିରେ ଶ୍ୱେତସାର ଥାଏ । ସାଧାରଣ ଚିନିକୁ monosaccharides ବୋଲି କୁହାଯାଏ । ଏଥିରେ glucose ଓ fructose ଥାଏ । ଗ୍ରାନ୍ୟୁଲେଟେଡ ଚିନିକୁ disaccharide କୁହାଯାଏ । ଏଥିରେ maltose ଓ lactose ଥାଏ । ଚିନି ଆଖୁରୁ ପ୍ରସ୍ତୁତ କରାଯାଇଥାଏ । ଦକ୍ଷିଣ ଏସିଆ ଓ ଦକ୍ଷିଣ ପୂର୍ବ ଏସିଆରେ ଅଧିକ ଆଖୁ ଚାଷ କରାଯାଇଥାଏ ।
ନାନାବାୟା ଗୀତ ପଲ୍ଲୀକବି ନନ୍ଦକିଶୋର ବଳଙ୍କ ରଚିତ ଏକ କବିତା ସଂକଳନ । ଏହାର ଗୀତ ଗୁଡିକ ଶିଶୁଙ୍କ ମନୋରଞ୍ଜନ କରିବା ପାଇଁ ଲେଖାଯାଇଛି । ଏହି ସଂକଳନରେ ଡାମରା କାଉ, ବାୟାଚଡେଇ, ବିଲେଇ ନାନୀ, ଚୁଟିଆ ମୂଷା, ନିଦ ମାଉସୀ ଇତ୍ୟାଦି ଅନେକ ଲୋକପ୍ରିୟ କବିତା ରହିଛି । ଏହି ଗୀତ ଗୁଡିକ ଓଡ଼ିଶାର ପୁରପଲ୍ଲୀ ସହିତ ସହରାଞ୍ଚଳରେ ମଧ୍ୟ ଖୁବ୍ ପ୍ରଚଳିତ । ଓଡ଼ିଆ ଶିଶୁ ସାହିତ୍ୟର ଶ୍ରେଷ୍ଠ କୃତି ମଧ୍ୟରୁ ଏହା ଅନ୍ୟତମ ।
ଚନ୍ଦ୍ରଗୁପ୍ତ ଓ ବିନ୍ଦୁସାରଙ୍କ ରାଜତ୍ୱ କାଳରେ କଳିଙ୍ଗ ଏକ ଶକ୍ତିଶାଳୀ ଓ ସ୍ୱାଧୀନ ରାଷ୍ଟ୍ର ଥିଲା । କିନ୍ତୁ ଅଶୋକ ରାଜ୍ୟାଭିଷେକର ଅଷ୍ଟମବର୍ଷରେ ଅର୍ଥାତ ଖ୍ରୀ.ପୂ:୨୬୧ରେ କଳିଙ୍ଗ ଆକ୍ରମଣ କରି ଜୟଲାଭ କରିଥିଲେ । ତାଙ୍କର ତ୍ରୟୋଦଶ ଶିଳାନୁଶାସନରେ କଳିଙ୍ଗ ଯୁଦ୍ଧର ରୋମାଞ୍ଚକର ବିଭୀଷିକା ବର୍ଣ୍ଣିତ ହୋଇଛି । ଏହି ଯୁଦ୍ଧରେ ଏକଲକ୍ଷ ଲୋକ ନୀହତ ହୋଇଥିଲେ । ଦେଢ଼ଲକ୍ଷ ଲୋକ ବନ୍ଦୀହୋଇ ଦେଶାନ୍ତରକୁ ପ୍ରେରିତ ହୋଇଥିଲେ ଏବଂ ପ୍ରାୟ ସେହି ସଂଖ୍ୟକ ବ୍ୟକ୍ତି ଯୁଦ୍ଧ ପର ଅବସ୍ଥାରେ ଆହାତ , ରୋଗାକ୍ରାନ୍ତ କିମ୍ବା ବୁଭୁକ୍ଷୁ ହୋଇ ମୃତ୍ୟୁମୂଖରେ ପଡ଼ିଥିଲେ । କଳିଙ୍ଗ ଯୁଦ୍ଧ ବୌଦ୍ଧ ଧର୍ମ ତଥା ପୃଥିବୀର ଇତିହାସରେ ଏକ ଯୁଗାନ୍ତକାରୀ ଘଟଣା । ଏହି ଯୁଦ୍ଧର ଦାରୁଣ ପରିଣତି ଅଶୋକଙ୍କ ମନରେ ଗଭୀର ଦୁଃଖ ଓ ଅନୁତାପ ଜାତ କରିଥିଲା । ହିଂସା ପ୍ରଣୋଦିତ ତରବାରିର ଜୟ ଜୟ ନୁହେଁ, ମାନବ-ହୃଦୟକୁ ଜୟ କରିବା ହିଁ ପ୍ରକୃତ ଜୟ ବୋଲି ଅନୁଭବ କରି ଅଶୋକ ଅସ୍ତ୍ର ପରିତ୍ୟାଗ କଲେ । ଉପଗୁପ୍ତ ନାମକ ଜଣେ ବୌଦ୍ଧ ସନ୍ନ୍ୟାସୀଙ୍କ ସଂସ୍ପର୍ଶରେ ଆସି ଅଶୋକ ବୌଦ୍ଧ ଧର୍ମ ଗ୍ରହଣ କରିଥିଲେ । ଏହା ପରେ ସତ୍ୟ ଓ ଅହିଂସା ବଳରେ ସେ ମାନବ ହୃଦୟକୁ ଜୟ କରିବା ପାଇଁ ଆତ୍ମ ନିୟୋଗ କଲେ । ସେ ନିଜ ବିଜୟ ପରେ ସୁନ୍ଦର ଭାବେ ଗଢି ତୋଳିଲେ ଓ ନିଜ ସାମ୍ରାଜ୍ୟରେ ମିଶେଇ ଥିଲେ।