ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ମହା ଶିବରାତ୍ରି ଏକ ହିନ୍ଦୁ ପର୍ବ । ଏହି ଦିନ ଶିବଙ୍କ ପୂଜା କରଯାଏ । ଏହା ଫାଲ୍ଗୁନମାସ କୃଷ୍ଣ ପକ୍ଷ ଚତୁର୍ଦ୍ଦଶୀ ଦିନ ପାଳନ କରାଯାଏ ।ମୁନି ସନତ କୁମାରଙ୍କ ମତରେ ଶିବଙ୍କୁ ପ୍ରସନ୍ନ କରିବାର ଦଶଗୋଟି ବ୍ରତ ଅଛି । ସେ ମଧ୍ୟରୁ ଶିବରାତ୍ରି ବ୍ରତ ସର୍ବଶ୍ରେଷ୍ଠ ଓ ସର୍ବକାମପ୍ରଦ ଅଟେ । ଜାବାଳି ଶ୍ରୁତି ଅନୁସାରେ ଦଶ ଶୈବ ବ୍ରତ ମଧ୍ୟରେ ଏହି ଶିବରାତ୍ରି ବ୍ରତ ଅତ୍ୟନ୍ତ ସିଦ୍ଧିଦାୟକ । କେତେକ ଶ୍ରୁତି ଅନୁସାରେ ପୁଣ୍ୟ ମାସ ମାଘ ମାସର 'ମାଘସ୍ନାନ' ବ୍ରତ ମଧ୍ୟରେ କୃଷ୍ଣ ଚତୁର୍ଦ୍ଦଶୀ ତିଥିକୁ ଏକ ଶିବରାତ୍ରି ବ୍ରତ ପାଳନ କରାଯାଏ ବୋଲି ବର୍ଣ୍ଣନା ଥିଲେ ମଧ୍ୟ ଫାଲଗୁନ ମାସ କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ପାଳନ କରାଯାଉଥିବା ଶିବରାତ୍ରି ବ୍ରତକୁ ସର୍ବଶ୍ରେଷ୍ଠ ଭାବେ ଗ୍ରହଣ କରାଯାଏ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ସାହିତ୍ୟରେ ଆଦର୍ଶବାଦ ପ୍ରଚାର କରିବା ଥିଲା ଜାତୀୟ କବି ସାରଳା ଦାସଙ୍କ ଅନ୍ୟତମ ଲକ୍ଷ୍ୟ । ସାମାଜିକ ଆଦର୍ଶବୋଧର ପ୍ରତିଷ୍ଠା ପାଇଁ ସେ ଆପଣାର ବିଶାଳ ଗ୍ରନ୍ଥ ମହାଭାରତର କଥନକ ମଧ୍ୟରେ ଯେଉଁଠେ ଅବକାଶ ପାଇଛନ୍ତି ଏହି ଆଦର୍ଶବୋଧକୁ ବିଭିନ୍ନ ଚରିତ୍ରରାଜିର ମୁଖରେ ପ୍ରଦାନ କରିଯାଇଛନ୍ତି । ସାରଳା ଦାସଙ୍କ ଉଲ୍ଲଖିତ ଆଦର୍ଶ ଥିଲା ସମସାମୟିକ ଉତ୍କଳର ସାମାଜିକ ଆଦର୍ଶ । ଏସବୁ ମୂଳରେ କବିଙ୍କ ଉଦ୍ଦେଶ୍ୟ ଥିଲା ସାଧାରଣ ଲୋକର ଚରିତ୍ର ଗଠନ ଏବଂ ନୈତିକ ଚେତନାର ଜାଗରଣ । କବିଙ୍କ ବିରଚିତ ମହାଭାରତ ତତ୍କାଳୀନ ଉତ୍କଳରେ ପ୍ରଚଳିତ ରାଶି ରାଶି ପ୍ରବାଦ ରୂପକ ସୁରଭିତ ସୁମନର ଏକ ନନ୍ଦନକାନନ । ବସ୍ତୁତଃ ବିଚାର କଲେ ଏସବୁ ପ୍ରବାଦ ଗୁଡିକ ମଧ୍ୟରୁ କେତେକ କବି କଳ୍ପନା ସମ୍ଭୂତ ଆଉ କେତେକ ତତ୍କାଳୀନ ଉତ୍କଳୀୟ ଲୋକ ମୁଖରେ ପ୍ରଚଳିତ କଥା । ଏସବୁ କବିଙ୍କ ପାଣ୍ଡିତ୍ୟ, ବହୁ ଶାସ୍ତ୍ର ଦର୍ଶିତା ତଥା ଦୂର ଦୃଷ୍ଟିର ସୁସମନ୍ୱୟରେ କବି ଲେଖନୀରେ ତାହା ମନୋଜ୍ଞ ଭାବେ ପ୍ରକାଶ ପାଇଛି । କବି ସ୍ୱକୀୟ ଅନୁଭୁତି ସଂଜାତ ବିଚାରବୋଧରୁ ଯେଉଁ ମହନୀୟ ଆଦର୍ଶବଳୀର ପ୍ରଚାର କରିଯାଇଛନ୍ତି ତାହାହିଁ ତାଙ୍କର ଆଦର୍ଶଗତ ଐକାନ୍ତିକତାର ଯଥାର୍ଥ ପରିଚାୟକ । କବିଙ୍କ ଏହି ଆଦର୍ଶବୋଧ କେତେବେଳେ ପ୍ରଚାର ଧର୍ମତାକୁ ଆଶ୍ରୟ କରିଛି ତ କେତେବେଳେ ବିଭିନ୍ନ ଲୋକ କଥା ଦେଇ ଆତ୍ମ ପ୍ରକାଶ କରିଛି । ନୀତି ବାଣୀ ବା ନୀତି ଉପଦେଶ ସୁସ୍ଥ ସୁନ୍ଦର ଜୀବନଚର୍ଯ୍ୟାର ମହାର୍ଘ ଉପାଦାନ ହେଲେ ସୁଦ୍ଧା ସାହିତ୍ୟିକ ରସାବେଦନ ଦୃଷ୍ଟିରୁ ତାହା ନିରସ ଓ ଶୁଷ୍କ ପ୍ରତୀୟମାନ ହୋଇଥାଏ । ଏଣୁ ଏହି ରସ ଶୂନ୍ୟ ଉପଦେଶାବଳୀକୁ ସରସ ଓ ସ୍ୱାଦିଷ୍ଟ କରିବା ଲକ୍ଷ୍ୟରେ କବି ଲୋକ ପ୍ରଚଳିତ ପ୍ରବାଦ ଗୁଡିକୁ ମାଧ୍ୟମ ରୂପେ ଗ୍ରହଣ କରିଛନ୍ତି । ସ୍ୱକୀୟ ପୁରାଣ ଗର୍ଭିତ ବିଭିନ୍ନ ଉପାଖ୍ୟାନ ତଥା ଚରିତ୍ରାବଳୀର କର୍ମ କୁଶଳତାକୁ ଜନଚିତ୍ତଗ୍ରାହୀ ପ୍ରବାଦ ମାଧ୍ୟମରେ ପ୍ରକାଶ ପୂର୍ବକ ସୁପରିକଳ୍ପିତ ଆଦର୍ଶବୋଧକୁ ପ୍ରଚାର କରିଯାଇଛନ୍ତି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଦଣ୍ଡନାଚ ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ । ଏହା ଗଞ୍ଜାମ ଜିଲ୍ଲାର ଏକ ଲୋକ ପର୍ବ। ଏହା ଗ୍ରାମାଞ୍ଚଳରେ ଏହା କାମନା ଦଣ୍ଡ ଭାବେ ପରିଚିତ। ଏହି ନୃତ୍ୟ ଧର୍ମିୟ ଧାରଣା ଏବଂ ଈଶ୍ୱର ବିଶ୍ୱାସ ଉପରେ ପ୍ରତିଷ୍ଠିତ । ନାଟକର ସୃଷ୍ଟି କେବେ ଓ କିଭଳି ହେଲା ତାହା ରହସ୍ୟମୟ । ତେବେ ଆଧୁନିକ ନାଟକ ସୃଷ୍ଟିର ବହୁ ପୂର୍ବରୁ ଲୋକନାଟକ ଗୁଡିକ ସୃଷ୍ଟି ହୋଇଥିବା ବିଷୟକୁ ଅସ୍ୱୀକାର କରାଯାଇ ନପାରେ । କାରଣ ବେଦ, ଭରତମୁନିଙ୍କ ନାଟ୍ୟଶାସ୍ତ୍ର,ବୌଦ୍ଧ ନିକାୟ,ପାଣିନି,କୃଶାଶ୍ୱ ଓ ବିଭିନ୍ନ ପୌରାଣିକ ଗ୍ରନ୍ଥରୁ ଲୋକନାଚକ ସମ୍ପର୍କରେ ସଂକେତ ମିଳିଥାଏ । ଲୋକନାଟକ ଗୁଡିକର ବର୍ହିଲକ୍ଷ ଓ ଅନ୍ତର୍ଲକ୍ଷ ହେଉଛି ଶିକ୍ଷା ପ୍ରଦାନ । ଜନଜୀବନର କାହାଣୀକୁ ବା ଲୋକବୃତ୍ତକୁ ବିଶ୍ୱସ୍ତ ଭାବେ ଉପସ୍ଥାପିତ କରିବା ଲୋକନାଟକର ଅନ୍ୟ ଏକ ଲକ୍ଷ । ନାଟକ ହେଉଛି ଦୃଶ୍ୟକାବ୍ୟ ଓ କାବ୍ୟମାନଙ୍କ ମଧ୍ୟରେ ଶ୍ରେଷ୍ଠ । ନାଟକର ସ୍ରଷ୍ଟା ନାଟ୍ୟ ଶିଳ୍ପିର ମାୟାଜାଲ ବିସ୍ତାର କରି ଦର୍ଶକର ଚିତ୍ତ ବିନୋଦନ ସହିତ ସତ୍ୟ ,ଶିବ ଓ ମଙ୍ଗଳର ଜୟଗାନପାଇଁ ଆହ୍ୱାନ ଦେଇଥାନ୍ତି ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
କବିକଳହଂସ ଗୋପାଳକୃଷ୍ଣ ପଟ୍ଟନାୟକ (୧୭୮୪ - ୧୮୬୨) ଅଷ୍ଟାଦଶ ଶତାବ୍ଦୀର ଜଣେ ଓଡ଼ିଆ କବି ଥିଲେ । ସେ ରାଧା କୃଷ୍ଣଙ୍କ ପ୍ରେମଲୀଳା ଉପରେ ଆଧାରିତ ଶୃଙ୍ଗାରରସ ଭିତ୍ତିକ ଅନେକ କବିତା, କିଛି ଛାନ୍ଦ, ଚଉପଦୀ, ଭକ୍ତି ସଙ୍ଗୀତ, ଭଜନ ଓ ଜଣାଣ, କୋଇଲି, ଚଉତିଶା ଆଦି ସନ୍ଦେଶ ଗୀତିକା ସମେତ ବାତ୍ସଲ୍ୟ ରସ ମିଶ୍ରିତ କେତେକ କବିତା ରଚନା କରିଥିଲେ । 'ଉଠିଲୁ ଏଡ଼େ ବେଗି କାହିଁକି ରେ', 'ଅନୁସରିତ ପ୍ରଭୋ କାଳଯାକ ଗଲା ସରିତ', 'ଗଜରାଜ ଗମନୀ ଆଜ କି ରେ', 'ସଙ୍ଗିନୀରେ ରାସ ରଙ୍ଗିନୀରେ' ଇତ୍ୟାଦି ତାଙ୍କ ରଚିତ ଲୋକପ୍ରିୟ ରଚନା ମଧ୍ୟରୁ ଅନ୍ୟତମ । ତାଙ୍କ କବିତାଗୁଡ଼ିକ ସଂଗୃହିତ ହୋଇ ରଚନାବଳୀ ବା ଗ୍ରନ୍ଥାବଳୀ ଭାବେ ଅନେକବାର ପ୍ରକାଶିତ ହୋଇଛି ।
ବଳଦେବ ରଥ (୧୭୮୯ - ୧୮୪୫) ଗଞ୍ଜାମ ଜିଲ୍ଲାର ଜଣେ ଓଡ଼ିଆ ରୀତି ଯୁଗର କବି । ସେ କବିସୂର୍ଯ୍ୟ ଭାବେ ପରିଚିତ । ଏକାଧାରରେ ଜଣେ କବି ଓ ସଙ୍ଗୀତକାର ଭାବରେ କବିତା, ଚମ୍ପୂ ଆଦିର ରଚନା କରି ସ୍ୱରସଂଯୋଜନା କରିଥିଲେ । ଗଞ୍ଜାମ ଜିଲ୍ଲାର ଢୁମ୍ପା ସଙ୍ଗୀତକୁ କବିସୂର୍ଯ୍ୟ ଆରମ୍ଭ କରିଥିଲେ ଓ ଗୀତ ରଚନା କରିଥିଲେ । ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।
ବରାହମିହିର (ସନ ୫୦୫- ସନ ୫୮୭) ହେଉଛନ୍ତି ଜଣେ ମହାନ୍ ଭାରତୀୟ ଗଣିତଜ୍ଞ, ଜ୍ୟୋତିର୍ବିଦ ଓ ଖଗୋଳ ବିଜ୍ଞାନୀ। ସେ କେବଳ ବରାହ ବା ମିହିର ଭାବେ ମଧ୍ୟ ପରିଚିତ। ତାଙ୍କର ଜନ୍ମ ଉଜ୍ଜୟିନୀରେ ହୋଇଥିଲା ।ପିତା ଆଦିତ୍ୟଦାସଙ୍କ ଠାରୁ ପାରମ୍ପାରିକ ଗଣିତ ଏବଂ ଜ୍ୟୋତିଷ ଶାସ୍ତ୍ର ଅଧ୍ୟୟନ କରି ସେଥିରେ ଅନେକ ସଂସ୍କାର ଆଣିଥିଲେ। ଗୁପ୍ତ ସାମ୍ରାଜ୍ୟର ବିକ୍ରମାଦିତ୍ୟ(ଚନ୍ଦ୍ରଗୁପ୍ତ-୨ୟ)ଙ୍କ ରାଜସଭାରେ ସେ ନବରତ୍ନଙ୍କ ମଧ୍ୟରେ ସ୍ଥାନ ପାଇଥିଲେ।
ଅନ୍ନପୂର୍ଣ୍ଣା ମହାରଣା (୧୯୧୭-୨୦୧୨) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ ୧୯୧୭ ମସିହା ନଭେମ୍ବର ୩ ତାରିଖରେ କଟକର ବାଖରାବାଦଠାରେ ଜନ୍ମଗ୍ରହଣ କରିଥିଲେ । ସ୍ୱାଧୀନତା ସଂଗ୍ରାମୀ ବାପା ଗୋପବନ୍ଧୁ ଚୌଧୁରୀ ଓ ମା' ରମାଦେବୀ ଚୌଧୁରୀଙ୍କ ସଂଗ୍ରାମମୟ ଜୀବନର ଛିଟାପଡିଥିଲା ତାଙ୍କ ଉପରେ । ତାଙ୍କର ଶ୍ରଦ୍ଧାନାମ ଥିଲା "ଚୁନୁ" । ତେଣୁ ପରବର୍ତ୍ତୀ ସମୟରେ ସେ "ଚୁନୁଅପା" ନାମରେ ବେଶୀ ପରିଚିତ ହେଲେ । ଗୋପବନ୍ଧୁଙ୍କ ସପରିବାର ଗାନ୍ଧୀ-ନୀତି ଗ୍ରହଣ କରିଥିବାରୁ, ଅନ୍ନପୂର୍ଣ୍ଣାଙ୍କ ଉପରେ ପିଲାଦିନରୁ ଏହାର ପ୍ରଭାବ ପଡ଼ିଥିଲା ଓ ଏହି ଆଦର୍ଶରେ ସେ ଆଜୀବନ ବଞ୍ଚିଥିଲେ । ଗୋପବନ୍ଧୁ ନିଜର ସନ୍ତାନଙ୍କୁ ସରକାରୀ ସ୍କୁଲରେ ପଢାଇବାକୁ ଇଚ୍ଛୁକ ନଥିବାରୁ, ଅନ୍ନପୂର୍ଣ୍ଣାଙ୍କ ଶିକ୍ଷା ଘର ମଧ୍ୟରେ ହୋଇଥିଲା ।
ଡିମ୍ବାଣୁ (ଇଂରାଜୀ: Egg Cell ବା Ovum) ଲୈଙ୍ଗିକ ପ୍ରଜନନ କରୁଥିବା ପ୍ରାଣୀ ଏବଂ ଉଦ୍ଭିଦମାନଙ୍କଠାରେ ଥିବା ଏକ ପ୍ରଜନନ କୋଷ ତଥା ସ୍ତ୍ରୀଯୁଗ୍ମକ । ପଶୁ ଏବଂ ଏମ୍ବ୍ରୋଫାଇଟ୍ ଉଭୟଙ୍କ ଡିମ୍ବାଣୁ ଉତ୍ପନ୍ନ କରିଥାନ୍ତି । ଡିମ୍ବାଣୁ ମୁଖ୍ୟତଃ କ୍ରିୟାଶୀଳ ଅବସ୍ଥାରେ ନ ଥାଏ । ଶୁକ୍ରାଣୁ ତୁଳନାରେ ଡିମ୍ବାଣୁ ଅପେକ୍ଷାକୃତ ବଡ଼ ହୋଇଥାଏ ଏବଂ ଖାଲି ଆଖିରେ ଦେଖିହୁଏ । ଏହି ଡିମ୍ବାଣୁ ଯେତେବେଳେ ଶୁକ୍ରାଣୁ ସଂସ୍ପର୍ଶରେ ଆସି ଗର୍ଭାଧାନ ହୁଏ, ଡିପ୍ଲଏଡ଼ କୋଷ ତଥା ଯୁଗ୍ମକ ସୃଷ୍ଟି ହୋଇଥାଏ ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ବଲାଙ୍ଗୀର ଜିଲ୍ଲାର ପାଟଣାଗଡ ଉପଖଣ୍ଡ ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ପର୍ବତର ପାଦଦେଶରେ ଥିବା ହରିଶଙ୍କର ଉଭୟ ଶୈବପୀଠ ଓ ପ୍ରାକୃତିକ ସୌନ୍ଦର୍ଯ୍ୟ ପାଇଁ ପ୍ରସିଦ୍ଧ । ଏହାର ଦୂରତା ସଦର ମହକୁମାରୁ ପ୍ରାୟ ୮୦ କି.ମି ହେବ । ଗନ୍ଧମାର୍ଦ୍ଦନ ପର୍ବତର ଉତ୍ତରାଞ୍ଚଳରେ ବରଗଡ଼ ଜିଲ୍ଲାର ପ୍ରସିଦ୍ଧ ନୃସିଂହନାଥ ମନ୍ଦିର ଥିବାବେଳେ ଦକ୍ଷିଣରେ ରହିଛି ହରିଶଙ୍କର । ଏହି ପୀଠରେ ହରି ଓ ଶଙ୍କର ଏକାଠି ପୂଜା ପାଉଥିବାରୁ ଏହି ପୀଠର ସ୍ୱତନ୍ତ୍ରତା ରହିଛି । ହରିଶଙ୍କର ମନ୍ଦିର ଏବଂ ନୃସିଂହନାଥ ମନ୍ଦିର ମଧ୍ୟରେ ଅବସ୍ଥିତ ମାଳଭୂମିରେ ବୌଦ୍ଧ ଧର୍ମାଲମ୍ବୀଙ୍କଦ୍ୱାରା ନିର୍ମାଣ କରାଯାଇଥିବା ଧ୍ୱସ୍ତବିଧ୍ୱସ୍ତ ଏକ ପ୍ରାଚୀନ ପରିମଳଗିରି ବିଶ୍ୱବିଦ୍ୟାଳୟ ରହିଛି ।
ପ୍ରହ୍ଲାଦ ନାଟକ ବା ପ୍ରହଲ୍ଲାଦ ନାଟକ (ରଜା ନାଟ, ରଜା ନାଟକ ଭାବେ ମଧ୍ୟ ପରିଚିତ) ଗଞ୍ଜାମ ଜିଲ୍ଲାରେ ଅଭିନୀତ ଏକ ଲୋକନାଟକ ଅଟେ । ଏଥିରେ ନୃସିଂହଙ୍କ କଥା ଗୀତନାଟ୍ୟ ମାଧ୍ୟମରେ ପରିବେଷିତ ହୁଏ । ଏହାର ପ୍ରମୁଖ ଲେଖା ରାଜା ରାମକୃଷ୍ଣ ଛୋଟରାୟଙ୍କ ନାମରେ ଭଣିତ । ପ୍ରହ୍ଲାଦ ନାଟକର ଗୀତଗୁଡ଼ିକରେ ରାମକୃଷ୍ଣଙ୍କ ନାମରେ ଭଣିତା ଥିଲେ ସୁଦ୍ଧା ଏହାକୁ କବି ଗୌରହରି ପରିଚ୍ଛା ଲେଖିଛନ୍ତି ବୋଲି ଗବେଷକଙ୍କଦ୍ୱାରା ଗୃହୀତ । ପରେ ଏହାଙ୍କ ଅନୁକରଣରେ ପାରଳାଖେମୁଣ୍ଡିର ଗଜପତି ମହାରାଜ ପଦ୍ମନାଭ ନାରୟଣ ଦେବ 'ଶ୍ରୀ ସଙ୍ଗୀତ ପ୍ରହ୍ଲାଦ ନାଟକ' ରଚନା କରିଥିଲେ ।
ଚନ୍ଦ୍ରଗୁପ୍ତ ଓ ବିନ୍ଦୁସାରଙ୍କ ରାଜତ୍ୱ କାଳରେ କଳିଙ୍ଗ ଏକ ଶକ୍ତିଶାଳୀ ଓ ସ୍ୱାଧୀନ ରାଷ୍ଟ୍ର ଥିଲା । କିନ୍ତୁ ଅଶୋକ ରାଜ୍ୟାଭିଷେକର ଅଷ୍ଟମବର୍ଷରେ ଅର୍ଥାତ ଖ୍ରୀ.ପୂ:୨୬୧ରେ କଳିଙ୍ଗ ଆକ୍ରମଣ କରି ଜୟଲାଭ କରିଥିଲେ । ତାଙ୍କର ତ୍ରୟୋଦଶ ଶିଳାନୁଶାସନରେ କଳିଙ୍ଗ ଯୁଦ୍ଧର ରୋମାଞ୍ଚକର ବିଭୀଷିକା ବର୍ଣ୍ଣିତ ହୋଇଛି । ଏହି ଯୁଦ୍ଧରେ ଏକଲକ୍ଷ ଲୋକ ନୀହତ ହୋଇଥିଲେ । ଦେଢ଼ଲକ୍ଷ ଲୋକ ବନ୍ଦୀହୋଇ ଦେଶାନ୍ତରକୁ ପ୍ରେରିତ ହୋଇଥିଲେ ଏବଂ ପ୍ରାୟ ସେହି ସଂଖ୍ୟକ ବ୍ୟକ୍ତି ଯୁଦ୍ଧ ପର ଅବସ୍ଥାରେ ଆହାତ , ରୋଗାକ୍ରାନ୍ତ କିମ୍ବା ବୁଭୁକ୍ଷୁ ହୋଇ ମୃତ୍ୟୁମୂଖରେ ପଡ଼ିଥିଲେ । କଳିଙ୍ଗ ଯୁଦ୍ଧ ବୌଦ୍ଧ ଧର୍ମ ତଥା ପୃଥିବୀର ଇତିହାସରେ ଏକ ଯୁଗାନ୍ତକାରୀ ଘଟଣା । ଏହି ଯୁଦ୍ଧର ଦାରୁଣ ପରିଣତି ଅଶୋକଙ୍କ ମନରେ ଗଭୀର ଦୁଃଖ ଓ ଅନୁତାପ ଜାତ କରିଥିଲା । ହିଂସା ପ୍ରଣୋଦିତ ତରବାରିର ଜୟ ଜୟ ନୁହେଁ, ମାନବ-ହୃଦୟକୁ ଜୟ କରିବା ହିଁ ପ୍ରକୃତ ଜୟ ବୋଲି ଅନୁଭବ କରି ଅଶୋକ ଅସ୍ତ୍ର ପରିତ୍ୟାଗ କଲେ । ଉପଗୁପ୍ତ ନାମକ ଜଣେ ବୌଦ୍ଧ ସନ୍ନ୍ୟାସୀଙ୍କ ସଂସ୍ପର୍ଶରେ ଆସି ଅଶୋକ ବୌଦ୍ଧ ଧର୍ମ ଗ୍ରହଣ କରିଥିଲେ । ଏହା ପରେ ସତ୍ୟ ଓ ଅହିଂସା ବଳରେ ସେ ମାନବ ହୃଦୟକୁ ଜୟ କରିବା ପାଇଁ ଆତ୍ମ ନିୟୋଗ କଲେ । ସେ ନିଜ ବିଜୟ ପରେ ସୁନ୍ଦର ଭାବେ ଗଢି ତୋଳିଲେ ଓ ନିଜ ସାମ୍ରାଜ୍ୟରେ ମିଶେଇ ଥିଲେ।