ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣୀ ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଲଲିତଗିରି (ନଳିତଗିରି ନାମରେ ମଧ୍ୟ ଜଣା) ଓଡ଼ିଶାର କେତେକ ମୁଖ୍ୟ ଓ ପୁରାତନ ବୌଦ୍ଧ ସ୍ତୂପ ଓ ବିହାରର ସମାହାର । ଏହା ଓଡ଼ିଶାର ରତ୍ନଗିରି ଭଳି ଏକ ପୁରାତନ କୀର୍ତ୍ତିରାଜି । ଲଳିତଗିରି, ଉଦୟଗିରି ଓ ରତ୍ନଗିରି ପୁରାତନ ପୁଷ୍ପଗିରି ବିଶ୍ୱବିଦ୍ୟାଳୟର ଏକ ଅଂଶ । ପୁରାତନ ଅନୁଶାସନ ଅନୁସାରେ ଏହାର ଐତିହାସିକ ନାମ ମାଧବପୁର ମହାବିହାର ଥିଲା । ଗୌତମ ବୁଦ୍ଧଙ୍କ ଅସ୍ଥି-ସମ୍ବଳିତ ଏକ ପୁରାତନ ଆଧାର ରଖାଯାଇ ଏକ ସଂଗ୍ରହାଳୟ ଏଠାରେ ନିର୍ମାଣ କରାଯାଇଅଛି । ତାହା ସହ ବାକି ଅନେକ ପ୍ରତ୍ନତତ୍ତ୍ୱିକ ବସ୍ତୁ ମଧ୍ୟ ଏଠାରେ ଜନସାଧାରଣଙ୍କ ଦର୍ଶନ ନିମନ୍ତେ ରଖାଯାଇଅଛି । ୧୯୮୫-୯୨ ଭିତରେ ଏହା ଏ.ଏସ.ଆଇ.
ଉଦୟଗିରି ଓଡ଼ିଶାରେ ଥିବା ଏକ ବୌଦ୍ଧ ସ୍ତୂପ ଓ ବିହାରସମୂହର ସମାହାର । ଉଦୟଗିରି, ରତ୍ନଗିରି ଓ ଲଳିତଗିରି ପୁରାତନ ପୁଷ୍ପଗିରି ବିଶ୍ୱବିଦ୍ୟାଳୟର ଏକ ଅଂଶ । ପୁରାତନ ଅନୁଶାସନ ଅନୁସାରେ ଏହାର ଐତିହାସିକ ନାମ ମାଧବପୁର ମହାବିହାର ଥିଲା । ୧୯୫୮ରୁ କରାଯାଇଥିବା ଏ.ଏସ.ଆଇ.ର ଅନେକ ଖନନରୁ ନାନାଦି ପ୍ରମାଣ ସବୁ ମିଳିଅଛି । ୧୯୯୭ରୁ ୨୦୦୦ ଭିତରେ ଉଦୟଗିରିର ଏକ ୨ୟ ଭାଗ (ଉଦୟଗିରି-୨)ର ସନ୍ଧାନ ମିଳିଅଛି ଯେଉଁଥିରେ ଅନେକ ଗୁଡ଼ିଏ ସ୍ତୂପ ଓ ବିହାରର ଆକଳନ କରାଯାଇଅଛି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ବଲାଙ୍ଗୀର ଜିଲ୍ଲାର ପାଟଣାଗଡ ଉପଖଣ୍ଡ ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ପର୍ବତର ପାଦଦେଶରେ ଥିବା ହରିଶଙ୍କର ଉଭୟ ଶୈବପୀଠ ଓ ପ୍ରାକୃତିକ ସୌନ୍ଦର୍ଯ୍ୟ ପାଇଁ ପ୍ରସିଦ୍ଧ । ଏହାର ଦୂରତା ସଦର ମହକୁମାରୁ ପ୍ରାୟ ୮୦ କି.ମି ହେବ । ଗନ୍ଧମାର୍ଦ୍ଦନ ପର୍ବତର ଉତ୍ତରାଞ୍ଚଳରେ ବରଗଡ଼ ଜିଲ୍ଲାର ପ୍ରସିଦ୍ଧ ନୃସିଂହନାଥ ମନ୍ଦିର ଥିବାବେଳେ ଦକ୍ଷିଣରେ ରହିଛି ହରିଶଙ୍କର । ଏହି ପୀଠରେ ହରି ଓ ଶଙ୍କର ଏକାଠି ପୂଜା ପାଉଥିବାରୁ ଏହି ପୀଠର ସ୍ୱତନ୍ତ୍ରତା ରହିଛି । ହରିଶଙ୍କର ମନ୍ଦିର ଏବଂ ନୃସିଂହନାଥ ମନ୍ଦିର ମଧ୍ୟରେ ଅବସ୍ଥିତ ମାଳଭୂମିରେ ବୌଦ୍ଧ ଧର୍ମାଲମ୍ବୀଙ୍କଦ୍ୱାରା ନିର୍ମାଣ କରାଯାଇଥିବା ଧ୍ୱସ୍ତବିଧ୍ୱସ୍ତ ଏକ ପ୍ରାଚୀନ ପରିମଳଗିରି ବିଶ୍ୱବିଦ୍ୟାଳୟ ରହିଛି ।
କଣ୍ଠଅଳତି ବା ଡାକ୍ତରୀ ଶାସ୍ତ୍ରରେ ଡିଫ୍ଥେରିଆ (from Greek: διφθέρα diphthera, meaning leather) ରୋଗର ନାମ ଗ୍ରୀକ ଭାଷାରୁ ନିଆଯାଇଛି ଯାହାର ଅର୍ଥ ଚମଡ଼ା ଓ କୋରାଇନୋବ୍ୟାକ୍ଟେରିମ ଡିଫଥେରି ନାମକ ଜୀବାଣୁଦ୍ୱାରା ଏହି ରୋଗ ହୁଏ । ସାମାନ୍ୟ ଓ ସାଙ୍ଘାତିକ ଧରଣର ଅବସ୍ଥା ଅନୁସାରେ ଏହାର ଲକ୍ଷଣ ବଦଳେ । ଏହାର ଜୀବାଣୁ ସଂସ୍ପର୍ଶରେ ଆସିବାର ୨ରୁ ୫ ଦିନ ପରେ ରୋଗ ଆରମ୍ଭ ହୁଏ । ଆରମ୍ଭରୁ ତଣ୍ଟ ଦରଜ ଓ ଜ୍ୱର ହୁଏ ଓ ଧୀରେ ଧୀରେ ବଢ଼େ । ସାଙ୍ଘାତିକ ରୋଗ ହେଲେ ପାଉଁଶିଆ ବା ଧଳା ଦାଗ ବା ପ୍ୟାଚ୍ (patch) ତଣ୍ଟିରେ ଦେଖାଯାଏ । ଏହି ପ୍ୟାଚ୍ ବୃଦ୍ଧି ପାଇ ଶ୍ୱାସ ପଥ ଅବରୋଧ କରିପାରେ ଓ ଏପରି ହେଲେ ଭୁକିବା କାଶ ହୁଏ । ଲସିକା ଗ୍ରନ୍ଥି ବଢ଼ିଯିବାଦ୍ୱାରା ତଣ୍ଟି ଫୁଲିଯାଏ । ଗୋଟିଏ ଅଲଗା ଧରଣର କଣ୍ଠଅଳତିରେ ଚର୍ମ, ଚକ୍ଷୁ,ଓ ଯୌନାଙ୍ଗ ସଂକ୍ରମିତ ହୁଏ । ରୋଗ ଜଟିଳ ହେଲେ ହୃତ୍ପିଣ୍ଡପେଶୀ ପ୍ରଦାହ (myocarditis), ସ୍ନାୟୁ ପ୍ରଦାହ, ବୃକ୍କ ଅସୁବିଧା ହୋଇ ପରିସ୍ରାରେ ପ୍ରୋଟିନ ପଡ଼େ ଓ ସ୍ୱଳ୍ପ ପ୍ଲାଟେଲାଟ ସଂଖ୍ୟା ଯୋଗୁ ରକ୍ତସ୍ରାବ ହୁଏ । ହୃତ୍ପିଣ୍ଡପେଶୀ ପ୍ରଦାହ ହେଲେ ଅନିୟମିତ ହୃଦ୍ଗତି ବା ନାଡ଼ି ହୁଏ, ସ୍ନାୟୁ ପ୍ରଦାହ ହେଲେ ପକ୍ଷାଘାତ ବା ପାରାଲିସିସ ହୁଏ ।କଣ୍ଠଅଳତି ରୋଗ ରୋଗୀ ସଂସ୍ପର୍ଶରେ ଆସିଲେ ବା ବାୟୁ ମାଧ୍ୟମରେ ଡିଏଁ । ପ୍ରଦୂଷିତ ପଦାର୍ଥଦ୍ୱାରା ମଧ୍ୟ ବ୍ୟାପେ । କେତେକ ଲୋକଙ୍କ ଦେହରେ ଜୀବାଣୁ ଥିଲେ ମଧ୍ୟ ଲକ୍ଷଣ ଦେଖାଯାଏ ନାହିଁ କିନ୍ତୁ ସଂକ୍ରମଣ କ୍ଷମତା ଥାଏ । ତଣ୍ଟିର ଆକୃତି ଦେଖି ରୋଗ ନିର୍ଣ୍ଣୟ କରାଯାଏ ଓ କଲ୍ଚର୍ କଲା ପରେ ନିଧାର୍ଯ୍ୟ ଭାବେ ଜଣାପଡ଼େ । ଆଗରୁ ରୋଗ ହୋଇଥିଲେ ମଧ୍ୟ ଆଉଥରେ ହୋଇପାରେ ।ଏହି ରୋଗର ପ୍ରତିଷେଧ ନିମନ୍ତେ ଫର୍ମୁଲାରେ ଟିକା ମିଳୁଛି । ପିଲାଦିନେ ଟିଟାନସ୍ ଟକ୍ସଏଡ (tetanus toxoid) ଓ ଲହର କାଶ ଟିକା (acellular pertussis vaccine) ସହ ଏହି ଟିକା ତିନି ବା ଚାରି ଡୋଜ୍ରେ ଦିଆଯାଏ । ତାପରେ ପ୍ରତି ଦଶ ବର୍ଷରେ ଥରେ ଦିଆଯାଏ । ରକ୍ତରେ ଆଣ୍ଟିଟକ୍ସିନ ମାତ୍ରା ପରୀକ୍ଷା କରି ପ୍ରତିଷେଧ କ୍ଷମତା ଆକଳନ କରାଯାଏ ।ଏରିଥ୍ରୋମାଇସିନ ଓ ପେନିସିଲିନ ଜି ଭଳି ଆଣ୍ଟିବାୟୋଟିକ ଦେଇ ଏହାର ଚିକିତ୍ସା କରାଯାଏ । ଡିଫ୍ଥେରିଆ ଆଣ୍ଟିଟକ୍ସିନ୍ ସଂସ୍ପର୍ଷରେ ଆସିଥିବା ଲୋକଙ୍କୁ ମଧ୍ୟ ଏହି ଆଣ୍ଟିବାୟୋଟିକ ଦିଆଯାଇପାରେ । ସାଙ୍ଘାତିକ ରୋଗ ହୋଇ ତଣ୍ଟି ବନ୍ଦ ହୋଇଆସୁଥିଲେ ଟ୍ରାକିଓସ୍ଟୋମି ଅପରେଶନ କରାଯାଏ ।୧୯୮୦ ମସିହାରେ ୧୦୦,୦୦୦ ରୋଗୀ ରପୋର୍ଟ ହୋଇଥିବା ବେଳେ ଅଫିସିଆଲି ୨୦୧୩ ମସିହାରେ କମିଯାଇ ୪,୭୦୦ ହୋଇଛି । ସେ ଯାହାହେଉ, ୧୯୮୦ ମସିହା ପୂର୍ବରୁ ନିୟୁତ ନିୟୁତ ଲୋକ ଏହି ରୋଗ ଭୋଗ କରୁଥିଲା । ଅଧୁନା ଏହି ରୋଗ ମୂଖ୍ୟତଃ ସବ୍ସାହାରା ଆଫ୍ରିକା, ଭାରତ ଓ ଇଣ୍ଡୋନେସିଆରେ ଦେଖାଯାଉଛି । ସନ ୨୦୧୩ରେ ଏହି ରୋଗ ଯୋଗୁ ମୃତ୍ୟୁ ସଂଖ୍ୟା ୩,୩୦୦ ହୋଇଛି ଯାହା ୧୯୯୦ ମସିହାରେ ୮,୦୦୦ ଥିଲା । ଗାଁଗଣ୍ଡାରେ ଆଜି ମଧ୍ୟ ପିଲାମାନେ ସଂକ୍ରମିତ ହେଉଛନ୍ତି । ବିକଶିତ ଦେଶମାନଙ୍କରେ ବହୁଳ ଟିକାଦାନ ଯୋଗୁ ଏହା କ୍ୱଚିତ୍ ଦେଖାଯାଉଛି । କେବଳ ଆମେରିକାରେ ୧୯୮୦ରୁ ୨୦୦୪ ମଧ୍ୟରେ ୫୭ଟି କେଶ୍ ରିପୋର୍ଟ ହୋଇଛି । ରୋଗୀମାନଙ୍କ ମଧ୍ୟରୁ ୫ %ରୁ ୧୦% ମୃତ୍ୟୁ ବରଣ କରନ୍ତି । ଖ୍ରୀ:ପୂ: ୫ମ ଶତାବ୍ଦୀରେ ଏହି ରୋଗ ବିଷୟରେ ପ୍ରଥମେ ହିପୋକ୍ରାଟିସ ଉଲ୍ଲେଖ କରିଥିଲେ । ଏହାର ଜୀବାଣୁକୁ କ୍ଲେବ୍ସ୍ (Klebs) ୧୮୮୨ ମସିହାରେ ଆବିଷ୍କାର କରିଥିଲେ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ଓଡ଼ିଶାରେ ଫଗୁ ଦଶମୀରୁ ଦୋଳ ଯାତ୍ରା ଆରମ୍ଭ ହୋଇଥାଏ । ଏହାର ଗୁରୁତ୍ୱ ବୈଷ୍ଣବ ଧର୍ମ ପରମ୍ପରାର ପ୍ରଚାର ଓ ପ୍ରସାର ସହିତ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ତେବେ ଏହା ମୁଖ୍ୟତଃ ଗ୍ରାମ ଗ୍ରାମ ମଧ୍ୟରେ, ଗୋଷ୍ଠୀ ଗୋଷ୍ଠୀ ମଧ୍ୟରେ, ବ୍ୟକ୍ତି ବ୍ୟକ୍ତି ମଧ୍ୟରେ ଏକ ସ୍ନେହ, ସଦ୍ଭାବ ଓ ପାରମ୍ପାରିକ ସୌହାର୍ଯ୍ୟର ପରିଚାୟକ ପର୍ବ ଭାବରେ ପାଳିତ ହୋଇଥାଏ । ପୃଥିବୀରେ ନୂତନ ଶିହରଣ ଜଗାଇ ପାରିବା ଭଳି ଶକ୍ତିରେ ଶକ୍ତିମନ୍ତ ଋତୁରାଜ ବସନ୍ତକୁ ସ୍ୱାଗତ ଜଣାଇବା ପାଇଁ ଦୋଳଯାତ୍ରାର ଆୟୋଜନ ବୋଲି ଗ୍ରହଣ କରାଯାଇଥାଏ। ଦ୍ୱାଦଶ ଶତାବ୍ଦୀର ଓଡ଼ିଆ ଜ୍ୟୋତିର୍ବିଦ ଶତାନନ୍ଦଙ୍କ ରଚିତ ଶତାନନ୍ଦ ସଂଗ୍ରହରେ ଦୋଳଯାତ୍ରା ସଂପର୍କରେ ବିଭିନ୍ନ ବର୍ଣ୍ଣନାରୁ ସ୍ପଷ୍ଟ ଅନୁମିତ ହୁଏ ଯେ ଅତି କମରେ ଦୀର୍ଘ ଆଠଶହ ବର୍ଷ ତଳୁ ଓଡ଼ିଶାରେ ଦୋଳଯାତ୍ରା ପାଳିତ ହୋଇ ଆସୁଛି । ସାଧାରଣତଃ ଏହି ଯାତ୍ରା ପାଞ୍ଚଦିନ ପାଇଁ ମହାସମାରୋହରେ ପାଳିତ ହୋଇ ରଜଦୋଳ ବା ପଞ୍ଚୁଦୋଳ ନାମରେ ନାମିତ ହୋଇଥାଏ । କେତେକ ସ୍ଥାନରେ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ଆରମ୍ଭ ହୋଇ ପାଞ୍ଚଦିନ ପର୍ଯ୍ୟନ୍ତ ପଞ୍ଚଦୋଳ ଭାବେ ଯାତ୍ରା ପାଳନ କରାଯିବାବେଳେ ଆଉ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନକୁ ପର୍ବର ଶେଷ ଦିବସ ରୂପେ ରଜଦୋଳ ନାମରେ ନାମିତ ହୋଇ ଏହି ଯାତ୍ରା ଶେଷହୁଏ । ଯେଉଁ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନରୁ ଆରମ୍ଭ ହୋଇ ଛଅଦିନ ପର୍ଯ୍ୟନ୍ତ ଏହି ପର୍ବ ପାଳିତ ହୋଇଥାଏ, ସେଠାରେ ଛଅଦୋଳ ଏବଂ ଯେଉଁଠି ନଅଦିନ ପର୍ଯ୍ୟନ୍ତ ପାଳନ କରାଯାଇପାରେ ସେଠାରେ ଏହାକୁ ନବଦୋଳ ବୋଲି କୁହାଯାଏ। ଅନେକ ସ୍ଥାନରେ ସାତଦିନ ଓ ଦଶଦିନ ଧରି ଦୋଳଯାତ୍ରା ଆୟୋଜିତ ହେବାର ଦୃଷ୍ଟାନ୍ତ ମଧ୍ୟ ରହିଛି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଉଦୟଗିରି ଓ ଖଣ୍ଡଗିରି ଗୁମ୍ଫା ଅଧା ପ୍ରକୃତିକ ଓ ଅଧା ମଣିଷଦ୍ୱାରା ତିଆରି ଯାହାର ଐତିହାସିକ, ପୁରାତନ ତତ୍ତ୍ୱ ଓ ଧାର୍ମିକ ଗୁରୁତ୍ତ୍ୱ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱରଠାରେ ଅବସ୍ଥିତ । ଗୁମ୍ଫାଗୁଡିକ ଦୁଇଟି ପାହାଡ଼ ଉଦୟଗିରି ଓ ଖଣ୍ଡଗିରିରେ ରହିଛି ଯାହା ହାତୀଗୁମ୍ଫାର ଶିଳାଲେଖରେ କୁମାରୀ ପର୍ବତ ନାମରେ ମଧ୍ୟ ଜଣା ଓ ଏହି ଦୁଇ ପାହାଡ଼ ଉଭୟଙ୍କ ଆଡକୁ ମୁଁହାଇ ରାସ୍ତାର ଦୁଇ ପାଖରେ ଅଛନ୍ତି ।ଖଣ୍ଡଗିରିରେ ୧୫ଟି ଗୁମ୍ଫା ଥିବାବେଳେ ଉଦୟଗିରିରେ ୧୮ଟି ଗୁମ୍ଫା ରହିଛି । ହାତୀ ଗୁମ୍ଫା ନିକଟରେ ବାରଭୁଜା ଦେବୀଙ୍କର ଏକ ମନ୍ଦିର ଅଛି।
ଉମାରାଣୀ ପାତ୍ର (ଜନ୍ମ: ୧୨ ମଇ ୧୯୫୪) ଜଣେ ଓଡ଼ିଆ ରାଜନୀତିଜ୍ଞ, କବି ଓ କଥାକାର । ସେ ଭାରତୀୟ ଜାତୀୟ କଂଗ୍ରେସ ଦଳର କର୍ମକର୍ତ୍ତା ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଥିଲେ । ଉମାରାଣୀ ଓଡ଼ିଶା ବିଧାନ ସଭାରେ ଜଣେ ସଭ୍ୟା ଭାବରେ କାର୍ଯ୍ୟ କରିଥିଲେ । ୧୯୮୫ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଭାରତୀୟ ଜାତୀୟ କଂଗ୍ରେସର ପ୍ରତିନିଧି ଭାବରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ତାଙ୍କ ରଚିତ କିଛି କବିତା କିଛି ପତ୍ରପତ୍ରିକାରେ ପ୍ରକାଶ ପାଇଥିଲା ଏବଂ ସେ ଆଲ୍ ଇଣ୍ଡିଆ ରେଡ଼ିଓରେ ଜଣେ କଥାକାର ଭାବରେ କିଛି ଗଳ୍ପର ଉପସ୍ଥାପନା କରିଥିଲେ ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନ ଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବ ଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ହନୁ ମାଙ୍କଡ଼ ବା ହନୁମାନ ଲଂଗୁର୍ ଭାରତୀୟ ଉପମହାଦ୍ୱୀପରେ ସର୍ବବ୍ୟାପ୍ତ ବାନର ପ୍ରଜାତି ଓ ଆଦି ବାନରମାନଙ୍କ ମଧ୍ୟରୁ ଅନ୍ୟତମ । ଏମାନଙ୍କ ପ୍ରଜାତିର ଜୀବବିଜ୍ଞାନ ନାମ ହେଲା Semnopithecus, ଯାହା ଗ୍ରୀକ୍ ଶବ୍ଦ σεμνός (semnós ଅର୍ଥାତ୍ -ପବିତ୍ର) ଓ πίθηκος (píthēkos ଅର୍ଥାତ୍ - ବାନର)ର ସମ୍ମିଶ୍ରଣରୁ ସୃଷ୍ଟ । ଏମାନଙ୍କ ସମସ୍ତ ପ୍ରଜାତି Semnopithecus entellus ମୁଖ୍ୟ ପ୍ରଜାତିର ଅଂଶ ଭାବେ ପରିଗଣିତ ହୁଅନ୍ତି । ୨୦୦୧ ମସିହାରେ ପୂର୍ବରୁ ଆବିଷ୍କୃତ କିଛି ଭିନ୍ନ ଭିନ୍ନ ଉପ-ପ୍ରଜାତିଙ୍କୁ ପ୍ରଜାତି ଭାବେ ଗଣନା କରାଯିବାରୁ ୭ଟି ଭିନ୍ନ ପ୍ରଜାତିର ସୃଷ୍ଟି ହେଲା । ଅଳ୍ପ ଉପ-ପ୍ରଜାତି ବିଶିଷ୍ଟ ଆଉ ଏକ ପ୍ରସ୍ତାବିତ ଶ୍ରେଣୀ ବିଭାଗ ମଧ୍ୟ ରହିଛି । Trachypithecus ପ୍ରଜାତିର ଉପ-ପ୍ରଜାତି ଭାବେ ପରିଗଣିତ ନୀଳଗିରି ହନୁ ମାଙ୍କଡ଼ ଓ ବାଇଗଣୀମୁହାଁ ହନୁ ମାଙ୍କଡ଼ ପ୍ରକୃତରେ Semnopithecus ପ୍ରଜାତିର ବୋଲି ଜେନେଟିକ୍ ପ୍ରମାଣ ମିଳିଛି । ହନୁ ମାଙ୍କଡ଼ମାନେ ପ୍ରାୟତଃ ପାଉଁଶିଆ ବା ଧୁସରିଆ ରଙ୍ଗର । ଖାଦ୍ୟ ପାଇଁ ହନୁ ମାଙ୍କଡ଼ ଦଳ ଏକ ନିର୍ଦ୍ଦିଷ୍ଟ ଇଲାକାର ନିୟନ୍ତ୍ରଣ କରନ୍ତି । ଭାରତୀୟ ଉପମହାଦ୍ୱୀପରେ ଏମାନେ ଘଞ୍ଚ ଜଙ୍ଗଲ, ପତଳା ଜଙ୍ଗଲ; ଏପରିକି ସହର ଆଖାପାଖି ଅଞ୍ଚଳରେ ମଧ୍ୟ ବସବାସ କରନ୍ତି । ଅଧିକାଂଶ ସ୍ଥାନରେ ହନୁ ମାଙ୍କଡ଼ମାନେ ସମୁଦ୍ର ପତନରୁ ନିମ୍ନ-ମଧ୍ୟମ ଉଚ୍ଚତାରେ ରହୁଥିବା ବେଳେ, ହିମାଳୟ ଅଞ୍ଚଳରେ ନେପାଳୀ ହନୁ ମାଙ୍କଡ଼ ଓ କାଶ୍ମୀରୀ ହନୁ ମାଙ୍କଡ଼ ପ୍ରାୟ ୪୦୦୦ ମିଟର୍ (୧୩୦୦୦ ଫୁଟ୍) ଉଚ୍ଚତା ପର୍ଯ୍ୟନ୍ତ ଦେଖାଯାନ୍ତି ।
ଦଣ୍ଡନାଚ ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ । ଏହା ଗଞ୍ଜାମ ଜିଲ୍ଲାର ଏକ ଲୋକ ପର୍ବ। ଏହା ଗ୍ରାମାଞ୍ଚଳରେ ଏହା କାମନା ଦଣ୍ଡ ଭାବେ ପରିଚିତ। ଏହି ନୃତ୍ୟ ଧର୍ମିୟ ଧାରଣା ଏବଂ ଈଶ୍ୱର ବିଶ୍ୱାସ ଉପରେ ପ୍ରତିଷ୍ଠିତ । ନାଟକର ସୃଷ୍ଟି କେବେ ଓ କିଭଳି ହେଲା ତାହା ରହସ୍ୟମୟ । ତେବେ ଆଧୁନିକ ନାଟକ ସୃଷ୍ଟିର ବହୁ ପୂର୍ବରୁ ଲୋକନାଟକ ଗୁଡିକ ସୃଷ୍ଟି ହୋଇଥିବା ବିଷୟକୁ ଅସ୍ୱୀକାର କରାଯାଇ ନପାରେ । କାରଣ ବେଦ, ଭରତମୁନିଙ୍କ ନାଟ୍ୟଶାସ୍ତ୍ର,ବୌଦ୍ଧ ନିକାୟ,ପାଣିନି,କୃଶାଶ୍ୱ ଓ ବିଭିନ୍ନ ପୌରାଣିକ ଗ୍ରନ୍ଥରୁ ଲୋକନାଚକ ସମ୍ପର୍କରେ ସଂକେତ ମିଳିଥାଏ । ଲୋକନାଟକ ଗୁଡିକର ବର୍ହିଲକ୍ଷ ଓ ଅନ୍ତର୍ଲକ୍ଷ ହେଉଛି ଶିକ୍ଷା ପ୍ରଦାନ । ଜନଜୀବନର କାହାଣୀକୁ ବା ଲୋକବୃତ୍ତକୁ ବିଶ୍ୱସ୍ତ ଭାବେ ଉପସ୍ଥାପିତ କରିବା ଲୋକନାଟକର ଅନ୍ୟ ଏକ ଲକ୍ଷ । ନାଟକ ହେଉଛି ଦୃଶ୍ୟକାବ୍ୟ ଓ କାବ୍ୟମାନଙ୍କ ମଧ୍ୟରେ ଶ୍ରେଷ୍ଠ । ନାଟକର ସ୍ରଷ୍ଟା ନାଟ୍ୟ ଶିଳ୍ପିର ମାୟାଜାଲ ବିସ୍ତାର କରି ଦର୍ଶକର ଚିତ୍ତ ବିନୋଦନ ସହିତ ସତ୍ୟ ,ଶିବ ଓ ମଙ୍ଗଳର ଜୟଗାନପାଇଁ ଆହ୍ୱାନ ଦେଇଥାନ୍ତି ।
ଅଖିଳ ମୋହନ ପଟ୍ଟନାୟକ ଜଣେ ଜଣାଶୁଣା ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ଦୁର୍ଗା ପୂଜା ହିନ୍ଦୁଧର୍ମାବଲମ୍ବୀମାନଙ୍କର ତଥା ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହି ପର୍ବର ଶେଷ ଦିନଟିକୁ ଦଶହରା ବା ବିଜୟା ଦଶମୀ ନାମରେ ପରିଚିତ । ଦୁର୍ଗା ପୂଜା ଶକ୍ତି ଉପାସନାର ପର୍ବ । ଏହା ବିଭିନ୍ନ କୁଳାଚାର ମତେ ଷୋଳଦିନ, ନଅଦିନ ବା ତିନିଦିନ ଧରି ପାଳିତ ହୁଏ । ମୁଖ୍ୟତଃ ଶରତ ଋତୁର ଆଶ୍ୱିନ ଶୁକ୍ଲପକ୍ଷ ପ୍ରତିପଦ ଠାରୁ ନବମୀ ବିଶେଷଭାବେ ଦେବୀଙ୍କ ପୂଜନର ପ୍ରକୃଷ୍ଟ ସମୟ ହୋଇଥିଲେ ହେଁ ଚୈତ୍ର ଶୁକ୍ଲ ପକ୍ଷରେ ମଧ୍ୟ ଏହା ବାସନ୍ତୀ ନବରାତ୍ର ରୂପେ ପାଳନ କରାଯାଇଥାଏ । ଦେବୀ ପୁରାଣ ଓ କାଳିକା ପୁରାଣରେ ଦୁର୍ଗାପୂଜାକୁ ଶାରଦୀୟ ପାର୍ବଣ କୁହାଯାଉଥିବା ବେଳେ ମାର୍କଣ୍ଡେୟ ପୁରାଣରେ ବାର୍ଷିକୀ ଶାରଦ ପୂଜନ କୁହାଯାଏ । ଦେବୀ ଦୁର୍ଗା ଦୁଃଖନାଶିନୀ।ନବରାତ୍ରୀରେ ଦୁର୍ଗାଙ୍କୁ ଶ୍ରଦ୍ଧାର ସହ ପୂଜା କଲେ ଉପାସକ ନବଶକ୍ତି ପ୍ରାପ୍ତ ହେଇଥାନ୍ତି । ଶାରଦୀୟ ନବରାତ୍ରୀ କାଳରେ ବ୍ରହ୍ମାଣ୍ଡର ସମସ୍ତ ଗ୍ରହ ସକ୍ରିୟ ଥିବାରୁ ଶକ୍ତି ଉପାସକଙ୍କର କୈଣସି ଅନିଷ୍ଟ ହୁଏନାହିଁ । ଦୁର୍ଗାଙ୍କର ଏହି ନବଶକ୍ତି ଜାଗ୍ରତ କରିବା ପାଇଁ ନବାର୍ଣ୍ଣ ବା ନବାକ୍ଷରୀ ମନ୍ତ୍ର ଜପ କରିବା ପାଇଁ ପରାମର୍ଶ ଦିଆଯାଇଛି । ନବର ଅର୍ଥ ନଅ ଓ ଅର୍ଣର ଅର୍ଥ ଅକ୍ଷର । ନବାର୍ଣ୍ଣ ମନ୍ତ୍ରଟି ହେଉଛି - ଐଂ ହ୍ଲୀଂ କ୍ଲୀଂ ଚାମୁଣ୍ଡାୟୈ ବିଚ୍ଚେ।ଏହି ମନ୍ତ୍ରର ପ୍ରତ୍ୟେକ ଅକ୍ଷର ଦୁର୍ଗାଙ୍କ ଗୋଟିଏ ଗୋଟିଏ ଶକ୍ତିର ପରିଚାୟକ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ବୈଶାଖ ଶୁକ୍ଳ ତୃତୀୟା ଦିନଟି ଅକ୍ଷୟ ତୃତୀୟା ଭାବେ ପରିଚିତ । ଏହି ଦିନକୁ ଔପଚାରିକ ଭାବେ ସରକାରୀ ସ୍ତରରେ କୃଷକ ଦିବସ ରୂପେ ପାଳନ କରାଯାଏ । କୃଷକମାନେ ଏହାକୁ ବଡ଼ ଶୁଦ୍ଧି ଓ ସିଦ୍ଧିର ଦିବସ ଭାବେ ପାଳନ କରିଥାନ୍ତି । କୃଷକ ଏହିଦିନ ଅମୃତ ବେଳାରେ ଅକ୍ଷିମୁଠି (ଅକ୍ଷୟମୁଠି) ଅନୁକୂଳ କରି କୃଷିକାର୍ଯ୍ୟର ଶୁଭାରମ୍ଭ କରିଥାଏ । ଶୁଭଦିନ ଭାବେ ମନେକରି ଏହିଦିନ ଗୃହନିର୍ମାଣ, ନିର୍ବନ୍ଧ, ବିବାହ, ଉପନୟନ ପ୍ରଭୃତି ଶୁଭକର୍ମ ଅନୁଷ୍ଠିତ ହୁଏ । ଚାଷୀ ନିଜ ସ୍ତ୍ରୀଠାରୁ ହଳଦୀ, ଚନ୍ଦନ, ସିନ୍ଦୂର ବୋଳା ଧାନ ବିହନପୂର୍ଣ୍ଣ ନୂଆ ଗଉଣିକୁ ଶଙ୍ଖ ହୁଳହୁଳି ମଧ୍ୟରେ ମୁଣ୍ଡରେ ଥୋଇ ଏବଂ ଅନ୍ୟ ଏକ ନୂତନ ଟୋକେଇରେ ପିଠା ନେଇ ହଳଲଙ୍ଗଳ ଧରି କ୍ଷେତକୁ ଯାଏ । ସେଠାରେ ଲକ୍ଷ୍ମୀ ଠାକୁରାଣୀଙ୍କୁ ଭୋଗଦେଇ ଉକ୍ତ ନୈବେଦ୍ୟ କିଆରୀର ଈଶାଣ କୋଣରେ ପୋତି ହଳ ବୁଲାଏ ଓ ମୁଠାମୁଠା ବିହନ କିଆରୀରେ ବୁଣେ । ଏହାକୁ ଅକ୍ଷିମୁଠି କହନ୍ତି । ସଧବା ସ୍ତ୍ରୀମାନେ ଏ ଦିନ ‘ଷଠିଦେବୀ’ଙ୍କ ପୂଜା କରନ୍ତି ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ଭାରତରେ ପ୍ରଚଳିତ ଶାସ୍ତ୍ରୀୟ ନୃତ୍ୟମାନଙ୍କ ମଧ୍ୟରୁ ଓଡ଼ିଶୀ ନୃତ୍ୟ ଅନ୍ୟତମ । ଏହାର ପରମ୍ପରା ଅତି ପ୍ରାଚୀନ । ଖାରବେଳଙ୍କ ସମୟରେ ଖୋତିତ ରାଣୀଗୁମ୍ଫା,ସ୍ୱର୍ଗପୁରୀ ଓ ମଞ୍ଚପୁରୀ ଗୁମ୍ଫାର ଗାତ୍ରରେ ଦେଖିବାକୁ ମିଳୁଥିବା ନର୍ତ୍ତକୀମାନଙ୍କର ପ୍ରତିମା ତଥା ହାତୀଗୁମ୍ଫା ଅଭିଲେଖରେ ବର୍ଣ୍ଣିତ ନୃତ୍ୟ ଓଡ଼ିଶୀନୃତ୍ୟର ପ୍ରାଚୀନତା ପ୍ରତିପାଦନ କରେ । ଭରତଙ୍କ ନାଟ୍ୟଶାସ୍ତ୍ରରେ ଉଲ୍ଲିଖିତ କଳିଙ୍ଗ ନୃତ୍ୟ ଶୈଳୀ ଓଡ଼ିଶୀ ନୃତ୍ୟର ସ୍ୱାତନ୍ତ୍ରତା ପ୍ରମାଣିତ କରେ । ଭୁବନେଶ୍ୱରର ପର୍ଶୁରାମେଶ୍ୱର ମନ୍ଦିର,ବୈତାଳ ମନ୍ଦିର,ଶିଶିରେଶ୍ୱର ମନ୍ଦିର, ମାର୍କଣ୍ଡେଶ୍ୱର ମନ୍ଦିର,ମୁକ୍ତେଶ୍ୱର ମନ୍ଦିର, ରାଜରାଣୀ ମନ୍ଦିର,ଲିଙ୍ଗରାଜ ମନ୍ଦିର, ମେଘେଶ୍ୱର ମନ୍ଦିର ପ୍ରଭୃତି, ପୁରୀର ଜଗନ୍ନାଥ ମନ୍ଦିର ଏବଂ କୋଣାର୍କ ସୂର୍ଯ୍ୟମନ୍ଦିରର ବର୍ହିଭାଗରେ ଖୋଦିତ ନର୍ତ୍ତକୀ ଓ ନାୟିକାମାନଙ୍କର ଅଙ୍ଗଭଙ୍ଗୀ ଓ ମୁଦ୍ରାରୁ ଓଡ଼ିଶୀ ନୃତ୍ୟର ପରମ୍ପରା ସମୃଦ୍ଧ ହୋଇଥିବା ଜଣାଯାଏ । ପରବର୍ତ୍ତୀ କାଳରେ ଏହି ନୃତ୍ୟ ଦେବଦାସୀ ନୃତ୍ୟ (ମାହାରୀ) ଓ ଗୋଟିପୁଅମାନଙ୍କଦ୍ୱାରା ପରିବେଷିତ ହୋଇ ଆସୁଥିଲା । ଆମଦେଶ ସ୍ୱାଧୀନ ହେବା ପରେ ଏହି ନୃତ୍ୟ ପରମ୍ପରାର ପୁନରୁଦ୍ଧାର କରାଯାଇ ଓଡ଼ିଶୀ ନାମରେ ନାମିତ କରାଗଲା ଓ ଏହା ଶାସ୍ତ୍ରୀୟ ନୃତ୍ୟର ମର୍ଯ୍ୟାଦା ଲାଭ କଲା । ଏହି ଉଦ୍ୟମରେ ସାର୍ଥକତା ଲାଭକରିଥିବା ବ୍ୟକ୍ତିମାନକ ମଧ୍ୟରୁ କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକ, ନୃତ୍ୟଗୁରୁ ପଙ୍କଜଚରଣ ଦାସ, ଦେବପ୍ରସାଦ ଦାସ ଓ କେଳୁଚରଣ ମହାପାତ୍ର ଅନ୍ୟତମ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ସରସ୍ୱତୀ ପୂଜା ମାଘମାସ ଶୁକ୍ଳପକ୍ଷ ପଞ୍ଚମୀତିଥି ଦିନ ପାଳନ କରାଯାଏ । ବିଦ୍ୟାପ୍ରାପ୍ତି ନିମିତ୍ତ ବିଦ୍ୟାର ଅଧିଷ୍ଠାତ୍ରୀ ଦେବୀ ବିଦ୍ୟାଦାୟିନୀ, ହଂସବାହିନୀ, ବୀଣା ପୁସ୍ତକ ଧାରିଣୀ ଦେବୀ ସରସ୍ୱତୀଙ୍କର ପୂଜା ଓ ଆରାଧନା ଏଇ ଦିନ ମୁଖ୍ୟତଃ ଶିକ୍ଷାନୁଷ୍ଠାନରେ କରାଯାଏ । ଛାତ୍ରଛାତ୍ରୀମାନେ ପୂଜାମଣ୍ଡପକୁ ଅତି ମନୋରମ ଭାବେ ସଜାଇ ଥାଆନ୍ତି । ମାତା ସରସ୍ୱତୀଙ୍କର ପୂଜା ଓ ପୁଷ୍ପାଞ୍ଜଳୀ ଦେବା ପର୍ଯ୍ୟନ୍ତ ସେମାନେ ଉପବାସ ରଖିଥାନ୍ତି । ଏଇ ଦିନ ପିଲାମାନେ ଦେବୀ ସରସ୍ୱତୀଙ୍କର ଆଶୀର୍ବାଦ ପ୍ରାପ୍ତି ନିମିତ୍ତ ସେମାନଙ୍କର ପାଠ୍ୟପୁସ୍ତକ ଓ କଲମ ଆଦିକୁ ମାତାଙ୍କ ପାଖରେ ସମର୍ପଣ କରିଥାନ୍ତି ।
ମାଳତୀ ଚୌଧୁରୀ ୨୬ ଜୁଲାଇ ୧୯୦୪ରେ ଏକ ବ୍ରାହ୍ମ ପରିବାରରେ ବାପା ବାରିଷ୍ଟର କୁମୁଦ ନାଥ ସେନ ଓ ମାଆ ସ୍ନେହଲତା ସେନଙ୍କ ଠାରୁ ଜନ୍ମ ନେଇଥିଲେ । ୨.୫ ବର୍ଷ ବୟସରେ ବାପାଙ୍କୁ ହରାଇ ସେ ମାଆଙ୍କ ଦେଇ ପରିପାଳିତ ହୋଇଥିଲେ । ବିଶ୍ୱକବି ରବିନ୍ଦ୍ରନାଥ ତାଙ୍କୁ ସ୍ନେହରେ ମିନୁ ଓ ଗାନ୍ଧୀଜୀ ତାଙ୍କୁ ତୁଫାନୀ ନାମରେ ଡାକୁଥିଲା ବେଳେ ସେ ଓଡ଼ିଶାବାସୀଙ୍କ ଆଦରଣୀୟ ନୂମା (ନୂଆ ମା) ଭାବେ ପରିଚିତ ଥିଲେ ।
ପ୍ରମିଳା ମଲ୍ଲିକ (ଜନ୍ମ: ୪ ମାର୍ଚ୍ଚ ୧୯୬୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ୧୯୯୦ ମସିହାରେ ସେ ଓଡ଼ିଶା ବିଧାନ ସଭାର ୧୦ମ ସଭାକୁ ଜନତା ଦଳର ପ୍ରତିନିଧି ଭାବରେ ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ପ୍ରଥମ ଥର ପାଇଁ ନିର୍ବାଚିତ ହୋଇଥିଲେ । ପରବର୍ତ୍ତୀ ସମୟରେ ସେ ପୁଣିଥରେ ୨୦୦୦ ମସିହା ଓଡ଼ିଶା ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ସେହି ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ଏହାପରେ ସେ ଲଗାତାର ୨୦୦୪ ମସିହାରେ ୧୩ଶ, ୨୦୦୯ ମସିହାରେ ୧୪ଶ ଏବଂ ୨୦୧୪ ମିସିହାରେ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ପ୍ରମିଳା ପ୍ରଥମଥର ପାଇଁ ୨୦୦୪ ମସିହାରେ ୧୩ଶ ଓଡ଼ିଶା ବିଧାନ ସଭାର ମନ୍ତ୍ରୀମଣ୍ଡଳରେ ମନ୍ତ୍ରୀ ହୋଇଥିଲେ । ସେ ମହିଳା ଓ ଶିଶୁ ବିକାଶ ବିଭାଗର ମନ୍ତ୍ରୀ ଥିଲେ ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ୱାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ୱାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ତାରିଣୀ ମନ୍ଦିର ଓଡ଼ିଶାର କେନ୍ଦୁଝର ଜିଲ୍ଲାର ଘଟଗାଁରେ ଥିବା ଏକ ଠାକୁରାଣୀ ମନ୍ଦିର । ଏଠାକାର ଅଧିଷ୍ଠାତ୍ରୀ ଦେବୀ ତାରିଣୀ । ପ୍ରବାଦରେ ଅଛି ଘଟଗାଁଠାରେ ଥିବା ମା ତାରିଣୀ ମନ୍ଦିରକୁ ୧୪୮୦ ମସିହାରେ କେନ୍ଦୁଝରର ତତ୍କାଳୀନ ରାଜା ଗୋବିନ୍ଦ ଭଞ୍ଜଦେଓ ନିର୍ମାଣ କରେଇଥିଲେ । ପୁରୀର ତତ୍କାଳୀନ ଗଜପତି ମହାରାଜାଙ୍କ ଆଦେଶକ୍ରମେ ମା ତାରିଣୀ ନୂଆ ମନ୍ଦିର ଘଟଗାଁଠାରେ ଶକ୍ତିପୀଠ ଭାବରେ ସ୍ଥାପିତ ହେଇପାରିଥିଲା । ମା ତାରିଣୀଙ୍କଠାରେ ମନାସିକ କାଲେ ତାହା ନିଶ୍ଚୟ ପୂରଣ ହୁଏ ବୋଲି ଭକ୍ତଙ୍କ ବିଶ୍ୱାସ ଥାଏ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଲିନକ୍ସ (ଇଂରାଜୀ:linux) ଅଧିକାଂଶ କ୍ଷେତ୍ରରେ ଇଉନିକ୍ସ(UNIX) ପରି ମନେହୁଏ ଓ ଇଉନିକ୍ସ ପରି ଦେଖାଯାଏ । କିନ୍ତୁ ଲିନକ୍ସ , ଇଉନିକ୍ସ ଅପେକ୍ଷା ନୂଆ ଅଟେ । ଏହାର ଗଠନ ଆରମ୍ଭ ହେଲା ୧୯୯୧ରେ , ଯେତେବେଳେ ଜଣେ ଫିନ୍ (Finnish) ଛାତ୍ର "ଲିନସ ଟରୱାଲଡସ୍" (Linus Torvalds) ଲିନକ୍ସର ଲେଖା ଆରମ୍ଭ କଲେ, ୮୦୩୮୬ ପ୍ରୋସେସର ପାଇଁ ଏକ ଛୋଟିଆ କର୍ନେଲ(Kernel) ଟିଏ ।ବିକାଶର ପ୍ରାରମ୍ଭରୁ ହିଁ , ଲିନକ୍ସର ସୋର୍ସ୍ କୋଡ୍(Sorce Code) ମାଗଣାରେ ଇଣ୍ଟର୍ନେଟରେ ଉପଲବ୍ଧ ହେଉଥିଲା । ତଦ୍ଦ୍ୱାରା ଲିନକ୍ସର ଇତିହାସକୁ ସାରା ବିଶ୍ୱର ବ୍ୟବହାରକାରୀ ପରିପୃଷ୍ଠ କରି ଚାଲିଲେ । ପ୍ରଥମ କର୍ନେଲ, ଯେଉଁଥିରେ ଇଉନିକ୍ସ ସିଷ୍ଟମର ଅଳ୍ପ କିଛି ଅଂଶ ବ୍ୟବହାର କରଯାଇଥିଲା, କ୍ରମେ ଏହା ଇଉନିକ୍ସର ଅନ୍ୟାନ୍ୟ ବହୁତ ବିଭାଗକୁ ମିଶାଇ ଚାଲିଲା ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ୱବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଭାରତର ରାଷ୍ଟ୍ରପତି ମାନଙ୍କର ତାଲିକା
ଏହି ସାରଣୀରେ ପ୍ରଦତ୍ତ ପୂର୍ବତନ ରାଷ୍ଟ୍ରପତିମାନଙ୍କର ନାମ ସେହି କ୍ରମରେ ଦିଆ ଯାଇଛି ଯେଉଁ କ୍ରମରେ ସେମାନେ ରାଷ୍ଟ୍ରପତି ନିର୍ବାଚନ ଜିତିଥିଲେ। ତେଣୁ ବରାହଗିରି ଭେଙ୍କଟଗିରି, ମହମ୍ମଦ ହିଦାୟତୁଲ୍ଲା, ଏବଂ ବସପ୍ପା ଦନାପ୍ପା ଜତ୍ତୀ, କାମଚଳା ରାଷ୍ଟ୍ରପତି ଥିବାରୁ ସେମାନଙ୍କ ନାମ ଏହି ସାରଣୀରେ ଦିଆ ଯାଇ ନାହିଁ । ଭାରତର ରାଷ୍ଟ୍ରପତି କୌଣସି ରାଜନୈତିକ ଦଳର ନ ହେଲେ ବି ରାଷ୍ଟ୍ରପତି ରୂପେ ନିର୍ବାଚିତ ହେବା ଆଗରୁ ସେମାନେ ଯେଉଁ ଦଳର ନେତା ଥିଲେ, ତାଙ୍କ ନାମ ଆଗରେ ସେଇ ଦଳର ନାମ ଉଲ୍ଲେଖ କରାଯାଇଛି।
ଧର୍ମପଦ, କୋଣାର୍କ ମନ୍ଦିରର ମୁଣ୍ଡି ମାରି ପ୍ରାଣ ବଳି ଦେଇଥିଲେ । ସେ ଓଡ଼ିଆ ସ୍ଥପତି ବିଶୁ ମହାରଣାଙ୍କ ପୁତ୍ର ଥିଲେ । ଯେତେବେଳେ ରାଜା ନରସିଂହ ଦେବ କୋଣାର୍କ ମନ୍ଦିର ନିର୍ମାଣ ପାଇଁ ୧୨୦୦ କାରିଗରଙ୍କୁ ନେଇ ମନ୍ଦିର ନିର୍ମାଣ କଲେ, ମନ୍ଦିରର ଶୃଙ୍ଗ ପର୍ଯ୍ୟନ୍ତ କାମ ସରିଗଲା ପରେ ତାହାର ମୁଣ୍ଡି ମାରିବା କମ କେହି କରିପାରିଲେନି । ମନ୍ଦିର ଅସମ୍ପୂର୍ଣ ହେଇ ରହିଯିବାର ଆଶଙ୍କା ସୃଷ୍ଟି ହେଲା । ସେତେବେଳେ ମୁଖ୍ୟ ସ୍ଥପତି ବିଶୁ ମହାରଣାଙ୍କ ୧୨ ବର୍ଷର ପୁଅ ଧର୍ମପଦ ନିଜେ ମନ୍ଦିର ଉପରକୁ ଚଢି ନିଜର ବୁଦ୍ଧି ବଳରେ ମନ୍ଦିରର ମୁଣ୍ଡି ମାରିବାରେ ସଫଳ ହେଲେ ଓ ସେଇ କଥାକୁ ଗୋପନ ରଖିବାକୁ ସାଗରକୁ ଲମ୍ଫ ପ୍ରଦାନ କରି ନିଜର ପ୍ରାଣବଳି ଦେଲେ ।
ଜଉଗଡ଼, ଗଞ୍ଜାମ ଜିଲ୍ଲାର ପୁରୁଷୋତ୍ତମପୁରଠାରୁ ଦଶ କିଲୋମିଟର ଦୂର "ମାଳତୀ ପର୍ବତ"ର ଅଂଶବିଶେଷ । ଦୂର୍ଗର କାନ୍ଥ ଜଉ ବା ଲାଖରେ ନିର୍ମାଣ କରାଯାଇଥିବାରୁ, ଏହା ଖୁବ ପିଚ୍ଛିଳ । ଏଥିଯୋଗୁ ଦୂର୍ଗର ଅନ୍ୟନାମ "ଜଉ ଦୂର୍ଗ" ବା "ଲାଖ ଦୂର୍ଗ" । ଆୟତାକାର ଏହି ଦୂର୍ଗରେ ରହିଛି ଅଶୋକଙ୍କଦ୍ୱାରା ଖୋଦିତ ଶିଳାଲିପି । ତିରିଶ ଫୁଟ ଲମ୍ବା ଓ ପନ୍ଦର ଫୁଟ ଉଚ୍ଚତା ବିଶିଷ୍ଟ ଗ୍ରାନାଇଟ ପଥରରେ ଏହି ଶିଳାଲିପି ଗୁଡିକ ଲେଖାଯାଇଛି । ଏଠାରେ ମୋର୍ଯ୍ୟ ଯୁଗର କିଛି ମୁଦ୍ରା ଆବିଷ୍କୃତ ହୋଇଛି । ଜଉଗଡ଼କୁ ଋଷିକୁଲ୍ୟା ନଦୀ ସଭ୍ୟତାର ମୂକସାଖୀ ବୋଲି କୁହାଯାଏ ।
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।